ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଓଡ଼ିଶାରେ ଫଗୁ ଦଶମୀରୁ ଦୋଳ ଯାତ୍ରା ଆରମ୍ଭ ହୋଇଥାଏ । ଏହାର ଗୁରୁତ୍ୱ ବୈଷ୍ଣବ ଧର୍ମ ପରମ୍ପରାର ପ୍ରଚାର ଓ ପ୍ରସାର ସହିତ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ତେବେ ଏହା ମୁଖ୍ୟତଃ ଗ୍ରାମ ଗ୍ରାମ ମଧ୍ୟରେ, ଗୋଷ୍ଠୀ ଗୋଷ୍ଠୀ ମଧ୍ୟରେ, ବ୍ୟକ୍ତି ବ୍ୟକ୍ତି ମଧ୍ୟରେ ଏକ ସ୍ନେହ, ସଦ୍ଭାବ ଓ ପାରମ୍ପାରିକ ସୌହାର୍ଯ୍ୟର ପରିଚାୟକ ପର୍ବ ଭାବରେ ପାଳିତ ହୋଇଥାଏ । ପୃଥିବୀରେ ନୂତନ ଶିହରଣ ଜଗାଇ ପାରିବା ଭଳି ଶକ୍ତିରେ ଶକ୍ତିମନ୍ତ ଋତୁରାଜ ବସନ୍ତକୁ ସ୍ୱାଗତ ଜଣାଇବା ପାଇଁ ଦୋଳଯାତ୍ରାର ଆୟୋଜନ ବୋଲି ଗ୍ରହଣ କରାଯାଇଥାଏ। ଦ୍ୱାଦଶ ଶତାବ୍ଦୀର ଓଡ଼ିଆ ଜ୍ୟୋତିର୍ବିଦ ଶତାନନ୍ଦଙ୍କ ରଚିତ ଶତାନନ୍ଦ ସଂଗ୍ରହରେ ଦୋଳଯାତ୍ରା ସଂପର୍କରେ ବିଭିନ୍ନ ବର୍ଣ୍ଣନାରୁ ସ୍ପଷ୍ଟ ଅନୁମିତ ହୁଏ ଯେ ଅତି କମରେ ଦୀର୍ଘ ଆଠଶହ ବର୍ଷ ତଳୁ ଓଡ଼ିଶାରେ ଦୋଳଯାତ୍ରା ପାଳିତ ହୋଇ ଆସୁଛି । ସାଧାରଣତଃ ଏହି ଯାତ୍ରା ପାଞ୍ଚଦିନ ପାଇଁ ମହାସମାରୋହରେ ପାଳିତ ହୋଇ ରଜଦୋଳ ବା ପଞ୍ଚୁଦୋଳ ନାମରେ ନାମିତ ହୋଇଥାଏ । କେତେକ ସ୍ଥାନରେ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ଆରମ୍ଭ ହୋଇ ପାଞ୍ଚଦିନ ପର୍ଯ୍ୟନ୍ତ ପଞ୍ଚଦୋଳ ଭାବେ ଯାତ୍ରା ପାଳନ କରାଯିବାବେଳେ ଆଉ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନକୁ ପର୍ବର ଶେଷ ଦିବସ ରୂପେ ରଜଦୋଳ ନାମରେ ନାମିତ ହୋଇ ଏହି ଯାତ୍ରା ଶେଷହୁଏ । ଯେଉଁ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନରୁ ଆରମ୍ଭ ହୋଇ ଛଅଦିନ ପର୍ଯ୍ୟନ୍ତ ଏହି ପର୍ବ ପାଳିତ ହୋଇଥାଏ, ସେଠାରେ ଛଅଦୋଳ ଏବଂ ଯେଉଁଠି ନଅଦିନ ପର୍ଯ୍ୟନ୍ତ ପାଳନ କରାଯାଇପାରେ ସେଠାରେ ଏହାକୁ ନବଦୋଳ ବୋଲି କୁହାଯାଏ। ଅନେକ ସ୍ଥାନରେ ସାତଦିନ ଓ ଦଶଦିନ ଧରି ଦୋଳଯାତ୍ରା ଆୟୋଜିତ ହେବାର ଦୃଷ୍ଟାନ୍ତ ମଧ୍ୟ ରହିଛି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ସୁଧାଂଶୁମାଳିନୀ ରାୟ (୧୫ ଜୁନ ୧୯୨୫ - ୧୯ ମାର୍ଚ୍ଚ ୨୦୦୮) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ଓଡ଼ିଶା ରାଜନୀତିରେ ସକ୍ରିୟ ଥିଲେ । ସୁଧାଂଶୁମାଳିନୀ ଓଡ଼ିଶା ବିଧାନ ସଭାର ଜଣେ ବିଧାୟିକା ଭାବରେ କାର୍ଯ୍ୟ କରିଥିଲେ । ୧୯୭୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଗୋବିନ୍ଦପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଭାରତୀୟ ଜାତୀୟ କଂଗ୍ରେସ ଦଳର ପ୍ରତିନିଧି ଭାବରେ ନିର୍ବାଚିତ ହୋଇ ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସୁଧାଂଶୁ ମାଳିନୀ ଦେବୀ ରାଜନୀତି ଛଡ଼ା ସାହିତ୍ୟରେ ମଧ୍ୟ ରୁଚି ରଖିଥିଲେ । ସେ କିଛି କବିତାର ରଚନା କରିଥିଲେ ଏବଂ ବିଭିନ୍ନ ପ୍ରସଙ୍ଗ ଉପରେ କିଛି ନିବନ୍ଧ ରଚନା କରିଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ପ୍ରଶାନ୍ତ ମହାସାଗର (Pacific Ocean) ପୃଥିବୀର ବୃହତ୍ତମ ଓ ଗଭୀରତମ ମହାସାଗର । ଏହାର ପଶ୍ଚିମରେ ଏସିଆ ଓ ଅଷ୍ଟ୍ରେଲିଆ ମହାଦେଶ ରହିଅଛି । ପୂର୍ବରେ ଉତ୍ତର ଆମେରିକା ଓ ଦକ୍ଷିଣ ଆମେରିକା ଅଛି । ଏହାର ଦକ୍ଷିଣରେ ଦକ୍ଷିଣ ମହାସାଗର (Antarctic Ocean ) ତଥା ଆଣ୍ଟାର୍କଟିକା ମହାଦେଶ ଏବଂ ଉତ୍ତରରେ ଉତ୍ତର ମହାସାଗର (Arctic Ocean) ରହିଛି । ପୃଥିବୀ ପୃଷ୍ଠର କ୍ଷେତ୍ରଫଳର ପ୍ରାୟ ଏକ ତୃତୀୟାଂଶ ଏହାର ଅନ୍ତର୍ଗତ । ଏହାର ହାରାହାରି ଗଭୀରତା ପ୍ରାୟ ୩୯୪୦ ମିଟର । ଏହି ମହାସାଗରରେ ଗୁଆମ ଦ୍ୱୀପ ନିକଟରେ ପୃଥିବୀର ଗଭୀରତମ ମ୍ୟାରିଆନା ଖାତ (Mariana Trench) ଅବସ୍ଥିତ । ଏହି ଖାତର ଗଭୀରତା ୧୧୦୩୫ ମିଟର । ପ୍ରଶାନ୍ତ ମହାସାଗରରେ (Pacific Ocean) ଛୋଟ ବଡ଼ ଅନେକଗୁଡ଼ିଏ ଦ୍ୱୀପ ରହିଛି । ଏମାନଙ୍କ ମଧ୍ୟରୁ ମୁଖ୍ୟ ଦ୍ୱୀପଗୁଡ଼ିକ ହେଉଛି:
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଓଡ଼ିଶାର ବିଧାନସଭା ନିର୍ବାଚନ ୨୦୧୯ ମସିହା ୧୧ ଅପ୍ରେଲରୁ ୨୯ ଅପ୍ରେଲ ମଧ୍ୟରେ ଓଡ଼ିଶାର ଲୋକସଭା ଆସନଗୁଡ଼ିକର ନିର୍ବାଚନ ସହ ମିଶିକରି ହେବ । ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଥିବା ବିଜୁ ଜନତା ଦଳର ନେତା ନବୀନ ପଟ୍ଟନାୟକ, ଭାରତୀୟ ଜନତା ପାର୍ଟିର ମୁଖ୍ୟମନ୍ତ୍ରୀ ପ୍ରାଥୀ, ଧର୍ମେନ୍ଦ୍ର ପ୍ରଧାନ ଏବଂ କଂଗ୍ରେସ ଦଳ ମୁଖ୍ୟ ପ୍ରତିଯୋଗୀ ଭାବେ ନିର୍ବାଚନ ଲଢ଼ିବେ । ବର୍ତ୍ତମାନ ସରକାରଙ୍କର କାର୍ଯ୍ୟକାଳ ୨୪ ମଇ ୨୦୧୯ ତାରିଖରେ ସମାପ୍ତ ଘଟିବ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ଆଲେଣ୍ଡ୍ରୋନିକ ଏସିଡ (Alendronic acid, ଏକ ବିକ୍ରୟ ନାମ ଫୋସାମାକ୍ସ/ Fosamax) ଏକ ବାଇଫସଫୋନେଟ ଔଷଧ (bisphosphonate medication) ଯାହା ଓଷ୍ଟିଓପୋରୋସିସ ଓ ଅସ୍ଥିପାଜେଟସ ରୋଗ (Paget's disease of bone) ଚିକିତ୍ସାରେ ଦିଆଯାଏ । ଏହା ପାଟିରେ ଦିଆଯାଏ । ଔଷଧ ସାଥିରେ ଜୀବସାର ଘ (en:vitamin D), କ୍ୟାଲସିଅମ ପରିପୂରକ (en:calcium supplementation) ଦିଆଯାଏ ଓ ଜୀବନଚର୍ଯ୍ୟାର ପରିବର୍ତ୍ତନ କରିବାକୁ ଉପଦେଶ ଦିଆଯାଏ ।ଆଲେଣ୍ଡ୍ରୋନିକ ଏସିଡର ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟାରେ କୋଷ୍ଠକାଠିନ୍ୟ, ଉଦର ଯନ୍ତ୍ରଣା, ଅଇ ଓ ଗାସ୍ଟ୍ରୋଏସୋଫେଜିଆଲ ରିଫ୍ଲକ୍ସ ଡିଜିଜ ହୋଇପାରେ । ସାଂଘାତିକ ପାର୍ଶ୍ୱ ପ୍ରତିକ୍ରିୟାରେ ଗ୍ରାସନଳୀ ସମସ୍ୟା, ଫିମର ଅସ୍ଥିଭଗ୍ନ (femur fracture) ଓ ହନୁହାଡ଼ର ଓଷ୍ଟିଓନେକ୍ରୋସିସ (osteonecrosis of the jaw) ହୋଇପାରେ । ଗର୍ଭାବସ୍ଥା ଓ କ୍ରନିକ ବୃକ୍କ ରୋଗରେ (poor kidney function) ଏହା ଦେବାକୁ ମନା କରାଯାଏ । ଅସ୍ଥିକୁ ଭାଙ୍ଗୁଥବା ଜୀବକୋଷମାନଙ୍କର କାମକୁ ଆଲେଣ୍ଡ୍ରୋନିକ ଏସିଡ କମେଇଦିଏ ।ସନ ୧୯୭୮ରେ ଆଲେଣ୍ଡ୍ରୋନିକ ଏସିଡ ବିଷୟ ବର୍ଣ୍ଣନା କରାଯିବା ପରେ ସନ ୧୯୯୫ରେ ଯୁକ୍ତରାଷ୍ଟ୍ର ଆମେରିକାରେ ଡାକ୍ତରୀ ବ୍ୟବହାର ନିମନ୍ତେ ସ୍ୱୀକୃତ ହୋଇଥିଲା । ଏହା ଜେନେରିକ ଔଷଧ ନାମରେ (generic medication) ବିକ୍ରୟ ହୁଏ । ସନ ୨୦୧୯ରେ ସଂଯୁକ୍ତ ରାଷ୍ଟ୍ରରେ (United Kingdom) ଏନଏଚଏସକୁ (NHS) ଏହାର ଏକ ଡୋଜ ପିଛା ପ୍ରାୟ ସନ ରେ ସଂଯୁକ୍ତ ରାଷ୍ଟ୍ରରେ (United Kingdom) ଏନଏଚଏସକୁ (NHS) ଏହାର ଏକ ମାସ ନିମନ୍ତେ ପ୍ରାୟ ୦.୪୧ ପାଉଣ୍ଡ ଖର୍ଚ୍ଚ କରିବାକୁ ପଡ଼ୁଥିଲା । ଯୁକ୍ତରାଷ୍ଟ୍ର ଆମେରିକାରେ ଏହି ଔଷଧ ବାବଦ ଏକ ମାସରେ ପ୍ରାୟ ୧.୧୬ ଆମେରିକୀୟ ଡଲାର ଖର୍ଚ୍ଚ ହୁଏ । ସନ ୨୦୧୬ରେ ଏହାର ୧୦ ନିୟୁତ ପ୍ରେସକ୍ରିପସନ ହୋଇ ସର୍ବାଧିକ ପ୍ରେସକ୍ରିପସନ ତାଲିକାରେ ୭୩ତମ ସ୍ଥାନ ଅଧିକାର କରିଥିଲା ।
ବୃକକ ବା କିଡନୀ ମାନବ ଶରୀରରେ ଥିବା ନିଷ୍କାସନ ବିଭାଗର ଦୁଇଟି ଅଙ୍ଗ, ଦେଖିବାକୁ ଶିମ୍ବ ମଞ୍ଜି ଭଳି ଓ ଆକାର ମୁଠା ହୋଇଥିବା ହାତ ଭଳି । ଅଣ୍ଟା ପାଖରେ ପେଟ ଭିତରେ ମେରୁ ଅସ୍ଥି ଦୁଇ ପଟରେ ପେରିଟୋନିଅମ ପଛ ପାଖରେ ଦୁଇଟି କିଡନୀ ଥାଏ । ବାମ କିଡନି ଅପେକ୍ଷା ଡାହାଣ କିଡନୀ ସାମାନ୍ୟ ତଳକୁ ଥାଏ ଓ ବାମ କିଡନି ମେରୁ ଅସ୍ଥିର ଅଧିକ ପାଖକୁ ଥାଏ । ପ୍ରତ୍ୟେକ କିଡନୀକୁ ଗୋଟିଏ ‘କିଡନୀ ଧମନୀ’ ପ୍ରବେଶ କରେ ଓ ଗୋଟିଏ ‘କିଡନୀ ଶିରା’ ବାହାରେ । କିଡନୀରୁ ଗୋଟିଏ ନଳୀ ବାହାରେ ଯାହାକୁ ୟୂରେଟର କହନ୍ତି । ଏହି ୟୂରେଟର ମଧ୍ୟ ଦେଇ କିଡନୀରୁ ପରିସ୍ରା ବାହାରି ମୂତ୍ରାଶୟରେ ଜମା ହୁଏ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣୀ ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ଦୈତାରି ନାଏକ କେନ୍ଦୁଝର ଜିଲ୍ଲାର ଜଣେ ପଦ୍ମଶ୍ରୀ ସମ୍ମାନିତ ସମାଜସେବୀ । ସେ ପାହାଡ଼ କାଟି ନିଜ ଗାଁକୁ କେନାଲ ଖୋଳିଥିଲେ ।ଦୈତାରୀ ବଂଶପାଳ ବ୍ଲକ ଅନ୍ତର୍ଗତ ତାଳବୈତରଣୀ ଗ୍ରାମର ବାସିନ୍ଦା । ୧୯୯୬ ମସିହା ବେଳକୁ ତାଙ୍କ ଗ୍ରାମକୁ ଜଳସେଚନ ବା ପିଇବା ପାଣିର ସୁବିଧା ନଥିଲା । ପିଇବା ପାଣି ମୁନ୍ଦେ ପାଇଁ ଲୋକଙ୍କୁ ୨ କିଲୋମିଟର ପାହାଡ଼ ଚଢିବାକୁ ପଡୁଥିଲା । ଦୈତାରି ଏକା ଏକା ପାହାଡ଼ କାଟି, ପାଣି ତଳକୁ ଆଣିବାକୁ ଚେଷ୍ଟା ଆରମ୍ଭ କରିଥିଲେ । ମୂଳରୁ ତାଙ୍କୁ ଟାହିଟାପରା ଶୁଣିବାକୁ ପଡିଥିଲେ ମଧ୍ୟ, ତାଙ୍କ କାମର ସଫଳତା ଦେଖି ଅନ୍ୟ ଗ୍ରାମବାସୀମାନେ ତାଙ୍କର ସହାୟତାକୁ ଆଗକୁ ଆସିଥିଲେ । ୨୦୦୦ ମସିହା ଶେଷ ଆଡକୁ ୨କିଲୋମିଟର ପାହାଡ଼ କାଟି, ଦୈତାରୀ ତାଙ୍କ ଗାଁକୁ ପାଣି ଆଣିବାକୁ ସଫଳ ହୋଇଥିଲେ । ଫଳସ୍ୱରୂପ ଆଗରୁ ଟାଙ୍ଗରା ପଡୁଥିବା ୪ଶହ ଏକର ଜମିରେ ହୋଇପାରିଲା ଚାଷ । ଉପକୃତ ହୋଇଥିଲେ ସମଗ୍ର ଗ୍ରାମବାସୀ ।
ଅଖିଳ ମୋହନ ପଟ୍ଟନାୟକ ଜଣେ ଜଣାଶୁଣା ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ନିତ୍ୟାନନ୍ଦ ମହାପାତ୍ର ଭଦ୍ରକ ଜିଲ୍ଲାର ତାଳପଦାଠାରେ ୧୭ ଜୁଲାଇ ୧୯୧୨, ରଥଯାତ୍ରା ଦିନ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜ୍ୟେଷ୍ଠ ପୁତ୍ର ଭାବେ ଜନ୍ମଗ୍ରହଣ କରିଥିଲେ । ସେ ଜଣେ ସାରସ୍ୱତ ସାଧକ, ସ୍ୱାଧୀନତା ସଂଗ୍ରାମୀ ଓ ରାଜନେତା ଥିଲେ । ସେ ଭଦ୍ରକ ନିର୍ବାଚନ ମଣ୍ଡଳୀରୁ ତିନିଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ୧୯୬୭-୭୧ରେ ସେ ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ନେତୃତ୍ୱାଧିନ ସ୍ୱତନ୍ତ୍ର ଜନ କଂଗ୍ରେସ ଶାସନ ସମୟରେ ସେ ରାଜ୍ୟ ସରକାରଙ୍କ ଖାଦ୍ୟ ଯୋଗାଣ ବିଭାଗ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଥିଲେ । ସେ ଥରେ ଜନ କଂଗ୍ରେସରୁ ଓ ଦୁଇଥର ସ୍ୱାଧୀନ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ବ୍ରିଟିଶ ଶାସନ ବିରୁଦ୍ଧରେ ସ୍ୱରଉତ୍ତୋଳନ କରି ସେ ତିନିଥର କାରାବରଣ କରିଥିଲେ ।୧୭ ଅପ୍ରେଲ ୨୦୧୨ରେ ସେ ଶ୍ୱାସନଳୀ ଜନିତ ରୋଗରେ ପୀଡ଼ିତ ହୋଇ ମୃତ୍ୟୁବରଣ କରିଥିଲେ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଲଉଡ଼ି ନାଚ ବା ବାଡ଼ିଖେଳ ବା ଲଉଡ଼ି ଖେଳ ଓଡ଼ିଶାର ଯାଦବ (ଗୋପାଳ) ସମ୍ପ୍ରଦାୟଙ୍କର ପାରମ୍ପରିକ ନୃତ୍ୟ । କେତକ ସ୍ଥାନରେ ଏହାକୁ ଦାଣ୍ଡି ଖେଳ ମଧ୍ୟ କୁହାଯାଏ । ସାରା ଓଡ଼ିଶାର ଗୋପାଳ ସଂପ୍ରଦାୟ ଏହାକୁ ପାଳନ କରିଥାନ୍ତି । ଏହା ଓଡ଼ିଶାର ଏକ ପାରମ୍ପରିକ ଲୋକ କଳା । ଏହା ଯାଦବ ବହୁଳ ଉତ୍ତର ପ୍ରଦେଶରେ ମଧ୍ୟ ଦେଖାଯାଏ ନାହିଁ । କିପରି ଏକ ଭିନ୍ନ ସାମରିକ ଖେଳ ଓଡ଼ିଶାରେ ପ୍ରଚଳିତ ଥିଲା ଏବେ ବି ଏହାର ପୃଷ୍ଠଭୂମି ଅନେକଙ୍କୁ ଅଗୋଚର ।
ଢେଙ୍କାନାଳ (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'ଢେଙ୍କାନାଳ' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ଚିଲିକା ଓଡ଼ିଶାର ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମ ଜିଲ୍ଲାରେ ବ୍ୟାପିଥିବା ଏକ ଲବଣାକ୍ତ ହ୍ରଦ । ଏହା ଓଡ଼ିଶାର ସବୁଠୁ ବଡ଼ ହ୍ରଦ । ଅଂଶୁପା ଓ ସର ମଧୁରଜଳ ହ୍ରଦ ହୋଇଥିବା ବେଳେ ଚିଲିକା ହେଉଛି ଲବଣାକ୍ତ ଜଳ ( Brackish Water) ହ୍ରଦ। ଏଠାରେ ଥିବା ନଳବଣ ବିଦେଶୀ ପକ୍ଷୀମାନଙ୍କ ଶୀତକାଳୀନ ବାସସ୍ଥାନ । ଚିଲିକାରେ ଶୀତଦିନ ବିତାଇବା ପାଇଁ ଏମାନେ ହଜାର ହଜାର ମାଇଲ ଉଡ଼ି ସୁଦୂର ଉତ୍ତର ଗୋଲାର୍ଦ୍ଧ ଓ ସାଇବେରିଆ ଅଞ୍ଚଳରୁ ଆସନ୍ତି । ଏଠାରେ ଥିବା ପରିକୁଦ ଓ ମାଲୁଦ ଦ୍ୱୀପରେ ଥିବା ମନ୍ଦିର ପର୍ଯ୍ୟଟକମାନଙ୍କ ପାଇଁ ଅନ୍ୟତମ ଆକର୍ଷଣ । ପ୍ରକୃତିର ବିବିଧତା ଏଠାରେ ଫୁଟିକରି ଦେଖାଯାଏ । ବିଭିନ୍ନ ପ୍ରକାରର ପକ୍ଷୀ, ସାମୁଦ୍ରିକ ପ୍ରାଣୀ, ଉଦ୍ଭିଦମାନଙ୍କର ଏହା ଗନ୍ତାଘର ।
ହନୁ ମାଙ୍କଡ଼ ବା ହନୁମାନ ଲଂଗୁର୍ ଭାରତୀୟ ଉପମହାଦ୍ୱୀପରେ ସର୍ବବ୍ୟାପ୍ତ ବାନର ପ୍ରଜାତି ଓ ଆଦି ବାନରମାନଙ୍କ ମଧ୍ୟରୁ ଅନ୍ୟତମ । ଏମାନଙ୍କ ପ୍ରଜାତିର ଜୀବବିଜ୍ଞାନ ନାମ ହେଲା Semnopithecus, ଯାହା ଗ୍ରୀକ୍ ଶବ୍ଦ σεμνός (semnós ଅର୍ଥାତ୍ -ପବିତ୍ର) ଓ πίθηκος (píthēkos ଅର୍ଥାତ୍ - ବାନର)ର ସମ୍ମିଶ୍ରଣରୁ ସୃଷ୍ଟ । ଏମାନଙ୍କ ସମସ୍ତ ପ୍ରଜାତି Semnopithecus entellus ମୁଖ୍ୟ ପ୍ରଜାତିର ଅଂଶ ଭାବେ ପରିଗଣିତ ହୁଅନ୍ତି । ୨୦୦୧ ମସିହାରେ ପୂର୍ବରୁ ଆବିଷ୍କୃତ କିଛି ଭିନ୍ନ ଭିନ୍ନ ଉପ-ପ୍ରଜାତିଙ୍କୁ ପ୍ରଜାତି ଭାବେ ଗଣନା କରାଯିବାରୁ ୭ଟି ଭିନ୍ନ ପ୍ରଜାତିର ସୃଷ୍ଟି ହେଲା । ଅଳ୍ପ ଉପ-ପ୍ରଜାତି ବିଶିଷ୍ଟ ଆଉ ଏକ ପ୍ରସ୍ତାବିତ ଶ୍ରେଣୀ ବିଭାଗ ମଧ୍ୟ ରହିଛି । Trachypithecus ପ୍ରଜାତିର ଉପ-ପ୍ରଜାତି ଭାବେ ପରିଗଣିତ ନୀଳଗିରି ହନୁ ମାଙ୍କଡ଼ ଓ ବାଇଗଣୀମୁହାଁ ହନୁ ମାଙ୍କଡ଼ ପ୍ରକୃତରେ Semnopithecus' ପ୍ରଜାତିର ବୋଲି ଜେନେଟିକ୍ ପ୍ରମାଣ ମିଳିଛି ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣାଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URIଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URLଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ମାନସିକ ରୋଗ ମନର ଏକ ଅସାଧାରଣ ଅବସ୍ଥା ଯାହା ମନୁଷ୍ୟର ବ୍ୟବହାରରୁ ଜଣାପଡ଼େ । ଏହାର ଦୂର୍ଦ୍ଦଶା ଓ ଅସମର୍ଥତା ସହ ସମ୍ପର୍କ ଥାଏ ଯାହା ଲୋକର ସାଧାରଣ ସଂସ୍କୃତି ସହ ଜଡ଼ିତ ନ ଥାଏ । ଗୋଟିଏ ମଣିଷର ଚିନ୍ତାଧାରା, କର୍ମ, ଭାବନା ଓ ଗ୍ରହଣ ଶକ୍ତି ଉପରେ ମାନସିକ ରୋଗର ସଂଜ୍ଞା ନିର୍ଭର କରେ । ଏହା ମସ୍ତିଷ୍କର କୌଣସି ନିର୍ଦ୍ଦିଷ୍ଟ ଅଂଶର କାମ ଉପରେ ନିର୍ଭର କରେ ବା ସାମାଜିକ ସ୍ତରରେ ଅନ୍ୟ ସ୍ନାୟୁ ମଣ୍ଡଳର କାମ ଉପରେ ନିର୍ଭର କରେ ଯାହା ମୂଖ୍ୟତଃ ସାମାଜିକ ପରିପ୍ରେକ୍ଷୀରେ ଜଡ଼ିତ ଥାଏ । ମାନସିକ ସ୍ୱାସ୍ଥ୍ୟର ବୁଝାମଣା ସମୟ କ୍ରମେ ବଦଳି ଚାଲିଛି । ଏହାର ବର୍ଗୀକରଣ ବଦଳି ଚାଲିଛି । ଅନେକ କ୍ଷେତ୍ରରେ ମାନସିକ ସ୍ୱାସ୍ଥ୍ୟ ଓ ମାନସିକ ରୋଗର ସ୍ଥିତି ନେଇ ରୋଗ ନିର୍ଣ୍ଣୟ ଜଟିଳ ହୋଇଯାଏ । ଡବ୍ଲ୍ୟୁ.ଏଚ୍.ଓ.
ଡିମେନ୍ସିଆ ଏକ ବୃହତ୍ ଶ୍ରେଣୀର ମସ୍ତିଷ୍କ ରୋଗ ଯାହା ଦୀର୍ଘକାଳ ଧରି ଧିରେ ଧିରେ ଚିନ୍ତା ଓ ସ୍ମରଣ ଶକ୍ତି କମେଇ ଦିଏ, ଏହା ଯୋଗୁ ଦୈନନ୍ଦିନ କାର୍ଯ୍ୟ ପ୍ରଭାବିତ ହୁଏ । ଅନ୍ୟାନ୍ୟ ଲକ୍ଷଣ ମଧ୍ୟରେ ଭାବନା ସମସ୍ୟା, ଭାଷା ସମସ୍ୟା ହୁଏ ଓ ଅଭିପ୍ରେରଣ (motivation) କମିଯାଏ । ଲୋକର ଚେତନ ଶକ୍ତି କମେନି । ଲୋକର ପାରମ୍ପରିକ ମାନସିକ କାର୍ଯ୍ୟକଳାପରେ ପରିବର୍ତ୍ତନ ଓ ବୟସାଧିକ୍ୟ ଯୋଗୁ ସାଧାରଣ ନ୍ୟନତାଠାରୁ ଅଧିକ ନ୍ୟୁନ ହେଲେ ଏହି ରୋଗ ନିର୍ଣ୍ଣୟ କରାଯାଏ । ଏମାନଙ୍କର ଯତ୍ନ ନେଉଥିବା ଲୋକଙ୍କ ଉପରେ ଉଲ୍ଲେଖନୀୟ ପ୍ରଭାବ ପଡ଼େ ।ସବୁଠାରୁ ଅଧିକ ହେଉଥିବା ସାଧାରଣ ଡିମେନ୍ସିଆର ୫୦ରୁ ୭୦% ରୋଗର ନାମ ଆଲଜିମର ରୋଗ । ଅନ୍ୟ ଡିମେନ୍ସିଆ ନାମ: ରକ୍ତନଳୀ ଡିମେନ୍ସିଆ ୨୫ % (vascular dementia),ଲିୟୁଇ ବଡି ଡିମେନ୍ସିଆ ୧୫ % (Lewy body dementia) ଓ ଫ୍ରଣ୍ଟୋଟେମ୍ପୋରାଲ ଡିମେନ୍ସିଆ (frontotemporal dementia) । ଅଳ୍ପ ଦେଖାଯାଉଥିବା କାରଣ ମଧ୍ୟରେ ସାଧାରଣ ଚାପ ହାଇଡ୍ରୋସେଫାଲସ୍ (normal pressure hydrocephalus), ପାର୍କିନ୍ସନ୍ ରୋଗ, ସିଫିଲିସ୍ ଓ କ୍ରୁଜ୍ଫେଲ୍ଟ-ଜାକୋବ୍ ରୋଗ (Creutzfeldt–Jakob disease) ଉଲ୍ଲେଖଯୋଗ୍ୟ । ଜଣେ ରୋଗୀ ଏକାଧିକ ଡିମେନ୍ସିଆ ରୋଗରେ ଆକ୍ରାନ୍ତ ହୋଇପାରେ । ଗୋଟିଏ ଛୋଟ ଆନୁପାତିକ ଅଂଶ ପାରିବାରିକ ଥାଏ । ଡି.ଏସ୍.ଏମ୍-୫]]ରେ ଡିମେନ୍ସିଆ ରୋଗr ଗମ୍ଭୀରତା ଅନୁସାରେ ପୁନଃବର୍ଗୀକରଣ (neurocognitive disorder) କରାଯାଇଥିଲା । ରୋଗ ଇତିହାସ, ବୋଧଶକ୍ତି ପରୀକ୍ଷା (en:cognitive testing) ସହ ମେଡିକାଲ ଇମେଜିଙ୍ଗ ଓ ରକ୍ତ ପରୀକ୍ଷାଆଦି କରି ଅନ୍ୟ ରୋଗର ସମ୍ଭାବ୍ୟ ଉପସ୍ଥିତି ଦୂର କରାଯାଏ । ମିନି ମାନସିକ ଅବସ୍ଥ ପରୀକ୍ଷା ଏକ ସାଧାରଣ ହେଉଥିବା ବୋଧଶକ୍ତି ପରୀକ୍ଷା । ସଙ୍କଟଜନକ ଅବସ୍ଥା ଯେପରିକି ଉଚ୍ଚ ରକ୍ତଚାପ, ଡାଏବେଟିସ୍, ଧୂମ୍ରପାନ ଓ ମୋଟାପଣ ନିୟନ୍ତ୍ରଣ କରି ରହି ରୋଗକୁ ପ୍ରତିରୋଧ କରିବାକୁ ଚେଷ୍ଟା କରାଯାଏ । ସବୁ ଲୋକମାନଙ୍କୁ ଏହି ରୋଗ ଚିହ୍ନଟ ନିମନ୍ତେ ସ୍କ୍ରନିଙ୍ଗ କରିବାକୁ ସୁପାରିସ୍ କରାଯାଏ ନାହିଁ । ଡିମେନ୍ସିଆ ଆରୋଗ୍ୟ ହୁଏ ନାହିଁ । ଆସେଟିଲ୍ କୋଲିନଇସ୍ଟରେଜ ଇନ୍ହିବିଟର୍ (Cholinesterase inhibitor) ଯେପରିକି ଡନ୍ପେଜିଲ୍ (donepezil) ଅଧିକାଂଶ ସମୟରେ ବ୍ୟବହାର କରାଯାଏ ଓ ଉପକାର ମିଳେ । ମୋଟା ମୋଟି ଅଳ୍ପ ଉପକାର ମିଳେ । ରୋଗୀଙ୍କର ଜୀବଚଚର୍ଯ୍ୟା ଉନ୍ନତ କରିବା ନିମନ୍ତେ କେତେ ଗୁଡ଼ିଏ ଉପାୟ ଅବଲମ୍ବନ କରାଯାଇପାରେ । କଗ୍ନିଟିଭ୍ ବିହେଭିଓରାଲ (Cognitive and behavioral interventions) ଚିକିତ୍ସା ଉପଯୁକ୍ତ ହୋଇପାରେ । ରୋଗୀ ଯତ୍ନକାରୀଙ୍କୁ ଶିକ୍ଷା ଓ ନୈତିକ ସମର୍ଥନ ଦିଆଯିବା ଗୁରୁତ୍ତ୍ୱପୂର୍ଣ୍ଣ ଅଟେ । ବ୍ୟାୟାମ କଲେ ଦୈନନ୍ଦିନ କାର୍ଯ୍ୟ ସହ ଫଳାଫଳ ଉନ୍ନତ ହୁଏ । ଡିମେନ୍ସିଆ ଯୋଗୁ ବ୍ୟବହାରିକ ଗଣ୍ଡଗୋଳ ବା ସାଇକୋସିସ୍ ହେଲେ ଆଣ୍ଟିସାଇକୋଟିକ୍ ଦିଆଯାଏ କିନ୍ତୁ ଏହାର ଉପକାରୀତା ନଗନ୍ୟ ଓ ମୃତ୍ୟୁ ସଙ୍କଟ ଅଧିକ ।
ବିଶ୍ୱନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କ ଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
କଳାହାଣ୍ଡି (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'କଳାହାଣ୍ଡି' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ୱାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ୱାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ନାରାୟଣ ସାହୁ (ଜନ୍ମ ୨୫ ନଭେମ୍ବର ୧୯୫୫) ଜଣେ ଓଡ଼ିଆ ଅଧ୍ୟାପକ ଓ ନାଟ୍ୟକାର । ଏଯାବତ ତାଙ୍କର ୨୦ରୁ ଉର୍ଦ୍ଧ ନାଟକ ପ୍ରକାଶିତ ହୋଇସାରିଛି । ସେ ଉତ୍କଳ ବିଶ୍ୱବିଦ୍ୟାଳୟରେ ସେ ଅଧ୍ୟାପନା କରିଛନ୍ତି । ତାଙ୍କର ନାଟକ ଆଶ୍ରା ଖୋଜି ବୁଲୁଥିବା ଇଶ୍ୱର ପାଇଁ ତାଙ୍କୁ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ଆକାଶବାଣୀ ନାଟ୍ୟକାର ପୁରସ୍କାର, ଝଙ୍କାର ନାଟକ ପୁରସ୍କାର ଓ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାରରେ ସମ୍ମାନୀତ ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ୱରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
କାଳୀ ଦଶମହାବିଦ୍ୟା ମଧ୍ୟରୁ ଅନ୍ୟତମ ଓ ଦେବୀ ଦୁର୍ଗାଙ୍କର ଶକ୍ତିଶାଳୀ ସ୍ୱରୂପ। କାଳରୂପୀ ଶିବଙ୍କର ଶକ୍ତି କାଳୀ ନାମରେ ମଧ୍ୟ ପରିଚିତା । ଚଣ୍ଡାସୁର ବଧ ସମୟରେ ଏହାଙ୍କର ଉତ୍ପତ୍ତି, ଏ ରକ୍ତବୀଜର ରକ୍ତ ପାନ କରିଥିଲେ । ଦକ୍ଷଯଜ୍ଞ ସମୟରେ ସତୀ ଏହି ମୂର୍ତ୍ତି ଧାରଣ କରିଥିଲେ । ମା’ କାଳୀ ସ୍ୱରୂପରେ ଭୟଙ୍କର କୃଷ୍ଣକାୟା, ଚତୁର୍ଭୁଜା, ନଗ୍ନା, ଲୋଳଜିହ୍ୱା (ଲହକା ଜିଭ), ମୁଣ୍ଡମାଳାଧାରିଣୀ । ତାଙ୍କର ଗୋଟିଏ ହାତ ଛିନ୍ନ-ମସ୍ତକ (ନରମୁଣ୍ଡ ବା ଖପର) ଧାରିଣୀ, ଅନ୍ୟଟି ଖଡ୍ଗ (ଖଣ୍ଡା)ରେ ଶୋଭିତ, ତୃତୀୟଟି ତ୍ରିଶୁଳ ଧାରଣ କରି ପାପୀ ରାକ୍ଷସମାନଙ୍କ ମଧ୍ୟରେ ଭୟ ସୃଷ୍ଟି କରେ ଏବଂ ଚତୁର୍ଥଟି ଭକ୍ତମାନଙ୍କୁ ଅଭୟ ମୁଦ୍ରାରେ ଆଶ୍ୱାସନା ଓ ଆଶୀର୍ବାଦ ଦେଇଥାଏ । ଭୀଷଣ ଭୟଙ୍କର ରୂପରେ ସେ ଶିବଙ୍କ ଉପରେ ଦଣ୍ଡାୟମାନା ।