ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ସୁରମା ପାଢ଼ୀ (ଜନ୍ମ: ୨୯ ଡିସେମ୍ବର ୧୯୬୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟି ରାଜନୈତିକ ଦଳ ସହ ସଂପୃକ୍ତ ଅଛନ୍ତି । ସୁରମା ଓଡ଼ିଶା ବିଧାନ ସଭାକୁ ଜଣେ ବିଧାୟିକା ଭାବରେ ନିର୍ବାଚିତ ହୋଇଥିଲେ । ୨୦୦୪ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଯୀଶୁ ଖ୍ରୀଷ୍ଟଙ୍କ ଜନ୍ମଦିନ ରୂପେ ବଡ଼ଦିନକୁ (ଈଂରାଜୀରେ Christmas, ଉଚ୍ଚାରଣ – କ୍ରିସ୍ମସ୍) ଖ୍ରୀଷ୍ଟ ଧର୍ମାବଲମ୍ବୀମାନେ ବଡ଼ ଧୁମ୍ଧାମ୍ର ସହିତ ପ୍ରତିବର୍ଷ ଡିସେମ୍ବର ୨୫ ତାରିଖ ଦିନ ପାଳନ କରିଥାନ୍ତି । ଖ୍ରୀଷ୍ଟୀୟ ପାଞ୍ଜି ବା ଗୀର୍ଜାର କ୍ୟାଲେଣ୍ଡର୍ ଅନୁସାରେ ଖ୍ରୀଷ୍ଟ ଜନ୍ମର କିଛି ଦିନ ପୂର୍ବରୁ ଉପବାସ ଓ ନିଷ୍ଠା ପୂର୍ବକ ପୂଜାପାଠ ଆରମ୍ଭ ହୋଇ ବଡ଼ଦିନ ଉତ୍ସବର ଆରମ୍ଭ ହୋଇଥାଏ ଏବଂ ତାହା ଦ୍ୱାଦଶ ଦିନରେ ସରି ଏକ ଉତ୍ସବ ପରି ପାଳିତ ହୁଏ । କିଛି ଦେଶର ସ୍ଥାନୀୟ ସଂସ୍କୃତି ଅନୁସାରେ ଏହି ଉତ୍ସବ ଆଠ ଦିନ ଧରି ମଧ୍ୟ ପାଳିତ ହୁଏ । ଖ୍ରୀଷ୍ଟ ଧର୍ମାବଲମ୍ବୀ ବା ଅନେକ ଦେଶରେ ଅଣ-ଖ୍ରୀଷ୍ଟୀୟ ଜନସମୂହଙ୍କର ମୁଖ୍ୟ ପର୍ବ ହୋଇଥିବାରୁ ଭାରତ ସମେତ ଅନେକ ଦେଶରେ ବଡ଼ଦିନକୁ ଏକ ସରକାରୀ ଛୁଟିଦିନ ରୂପେ ଘୋଷିତ କରାଯାଇଛି ।ବାଇବେଲ୍ର “ନ୍ୟୁ ଟେଷ୍ଟାମେଣ୍ଟ୍” (ନୂତନ ନିୟମାବଳୀ) ଅନୁସାରେ ବେଥ୍ଲେହେମ୍ଠାରେ ଯୀଶୁଙ୍କ ଜନ୍ମ ଗ୍ରହଣର ବୃତ୍ତାନ୍ତ ବଡ଼ଦିନ ଉତ୍ସବର ପାରମ୍ପରିକ ମୂଳଦୁଆ । ସନ୍ଥ ଜୋସେଫ୍ ଓ ମାତା ମେରି (ମରିୟମ୍) ବେଥ୍ଲେହେମ୍ ସହରରେ ପହଞ୍ଚି ଜାଣିବାକୁ ପାଇଥିଲେ ଯେ ସେମାନଙ୍କ ରହିବା ପାଇଁ କୌଣସି ପାନ୍ଥନିବାସ ନାହିଁ । ତେଣୁ ଏକ ମେଣ୍ଢାଶାଳରେ ମାତା ମେରିଙ୍କୁ ରହିବାକୁ ପଡ଼ିଥିଲା ଓ ସେଠାରେ ସେ ଯୀଶୁଙ୍କୁ ଜନ୍ମଦାନ କରିଥିଲେ । ଦେବଦୂତ (angels) ଓ ମେଷପାଳକମାନେ ମିଶି ଏହି ଶୁଭ ମୁହୂର୍ତ୍ତ ବିଷୟରେ ସଭିଙ୍କୁ ଜଣାଇଲେ ଓ ଯୀଶୁ ଜନ୍ମ ନେବା କଥା ପ୍ରଚାରିତ ହୋଇଗଲା ।ଯୀଶୁଙ୍କ ପ୍ରକୃତ ଜନ୍ମ ତାରିଖ ଓ ମାସ ସମସ୍ତଙ୍କୁ ଅଜ୍ଞାତ, କିନ୍ତୁ ଚତୁର୍ଥ ଶତାବ୍ଦୀର ପ୍ରଥମାର୍ଦ୍ଧରେ “ୱେଷ୍ଟର୍ଣ୍ଣ୍ ଖ୍ରୀଷ୍ଟିୟାନ୍ ଚର୍ଚ୍ଚ୍” (ପାଶ୍ଚାତ୍ୟ ଦେଶମାନଙ୍କ ପ୍ରମୁଖ ଗୀର୍ଜାଘରମାନେ) ଡିସେମ୍ବର ୨୫ ତାରିଖକୁ ଖ୍ରୀଷ୍ଟଙ୍କ ଜନ୍ମ ବୋଲି ଅଭିହିତ କଲେ ଓ ପ୍ରାଚ୍ୟ ଦେଶମାନଙ୍କରେ ମଧ୍ୟ ଏହି ପ୍ରଥା ପ୍ରଚଳିତ ହେଲା । ବର୍ତ୍ତମାନ ସମୟରେ ଗ୍ରେଗୋରିଆନ୍ ପାଞ୍ଜି ବା କ୍ୟାଲେଣ୍ଡର୍ ଓ ଅଧିକାଂଶ ଦେଶର ସରକାରୀ କ୍ୟାଲେଣ୍ଡର୍ ଡିସେମ୍ବର ୨୫କୁ ବଡ଼ଦିନ ବୋଲି ଘୋଷଣା କରିଛନ୍ତି । କେତେକ ପ୍ରାଚ୍ୟ ଦେଶରେ ଅନୁସୃତ ଜୁଲିଆନ୍ ପାଞ୍ଜି ବା କ୍ୟାଲେଣ୍ଡର୍ର ଡିସେମ୍ବର ୨୫ ତାରିଖ (ଯାହା ଗ୍ରେଗୋରିଆନ୍ ପାଞ୍ଜି ଅନୁସାରେ ଜାନୁଆରୀ ୭ ତାରିଖ) ଦିନ ବଡ଼ଦିନ ପାଳିତ ହୋଇଥାଏ । ଜୁଲିଆନ୍ ପାଞ୍ଜିର ବଡ଼ଦିନ ଗ୍ରେଗୋରିଆନ୍ ପାଞ୍ଜିର ଏପିଫ୍ୟାନି ବା ପ୍ରଭୁପ୍ରକାଶ ପର୍ବ (ଜାନୁଆରୀ ୬ ତାରିଖ)ର ପରବର୍ତ୍ତୀ ଦିନ ପଡ଼ିଥାଏ । ଖ୍ରୀଷ୍ଟ ଧର୍ମାବଲମ୍ବୀ ଏହାକୁ ଏକ ବିବାଦ ନୁହେଁ ବରଂ ପାଞ୍ଜି ଅନୁସରଣ କରିବାର ଏକ ଭିନ୍ନ ଦିଗ ଭାବେ ପରିଗଣିତ କରିଥାନ୍ତି । ଅନ୍ୟ ଏକ ଦୃଷ୍ଟିଭଙ୍ଗୀ ଅନୁସାରେ ଜଗତର ପାପମୋଚନ କରିବା ପାଇଁ ଭଗବାନ ଯୀଶୁ ଅବତାର ରୂପେ ପୃଥିବୀପୃଷ୍ଠରେ ଅବତରଣ କରିଥିବାର ବେଳା ବା ଘଟଣାକୁ ପାଳନ କରାଯିବା ଏହି ଉତ୍ସବର ମୂଳ ଲକ୍ଷ୍ୟ ଏବଂ ନିର୍ଦ୍ଦିଷ୍ଟ କେଉଁ ଦିନ ଏହି ସବୁ ଘଟଣା ଘଟିଥିଲା ତାହା ନିମିତ୍ତ ମାତ୍ର ।ବଡ଼ଦିନ ପାଳନର ପରମ୍ପରାରେ ଖ୍ରୀଷ୍ଟୀୟ ଧାର୍ମିକ ପ୍ରଥା, ଖ୍ରୀଷ୍ଟପୂର୍ବ ସମୟର କିଛି ଧାର୍ମିକ ପ୍ରଥା ଓ ଅନ୍ୟ କେତେକ ଉଦାରପନ୍ଥୀ ଧାର୍ମିକ ପ୍ରଥା ସମ୍ମିଶ୍ରିତ ହୋଇ ରହିଛି । ଆଧୁନିକ ଯୁଗରେ ବଡ଼ଦିନ ପାଳନ ସମୟରେ ଉପହାର ଦେଣନେଣ, ଆଗମନ କ୍ୟାଲେଣ୍ଡର୍ର (Advent calendar) ଦିନ ଗଣିବା, ବଡ଼ଦିନର ସଙ୍ଗୀତ ଓ ପ୍ରାର୍ଥନା, ବଡ଼ଦିନ ଗଛ, ଘରକୁ ଆଲୋକମାଳାରେ ସଜ୍ଜିତ କରିବା, ଗୀର୍ଜା ଘର ତରଫରୁ ସମାଜର ଉନ୍ନତିମୂଳକ କାର୍ଯ୍ୟରେ ଯୋଗଦାନ ଦେବା, ବଡ଼ଦିନ କାର୍ଡ୍ ଦେବାନେବା, କଣ୍ଢେଇ ମାଧ୍ୟମରେ ଯୀଶୁଙ୍କ ଜନ୍ମବୃତ୍ତାନ୍ତ ଦର୍ଶାଇବା ପରି ବିଭିନ୍ନ ପ୍ରଥା ପ୍ରଚଳିତ ହୁଏ । ବଡ଼ଦିନ ସମ୍ପର୍କିତ କିଛି ସ୍ଥାନୀୟ ଲୋକକଥା ଓ ପରମ୍ପରା ମଧ୍ୟ ରହିଛି । ସନ୍ଥ ନିକୋଲାସ୍ ବା "ସାଣ୍ଟା କ୍ଲସ୍" (ଈଂରାଜୀରେ Santa Georges) ଛୋଟ ପିଲାଙ୍କ ପାଇଁ ଉପହାର ଆଣିଦେବା ସେମାନଙ୍କୁ ଉତ୍ସାହିତ ଓ ଆନନ୍ଦିତ କରିଥାଏ । ଉପହାର ଓ ଅନ୍ୟାନ୍ୟ ସାମଗ୍ରୀ କିଣାବିକା ଯୋଗୁଁ ବଡ଼ଦିନ ସମୟଟି ବ୍ୟାପାର ପାଇଁ ଉତ୍କୃଷ୍ଟ ସମୟ ଓ ଗତ କିଛି ଶତାବ୍ଦୀରେ ବିଶ୍ୱର ବିଭିନ୍ନ ସ୍ଥାନରେ ବଡ଼ଦିନ ସମୟରେ ଏହି ବ୍ୟାପାର କ୍ରମଶଃ ବୃଦ୍ଧି ପାଇବାରେ ଲାଗିଛି ।
୧୯୩୬ ଅପ୍ରେଲ ୧ ତାରିଖ ଦିନ ଏକ ରାଜ୍ୟ ଭାବେ ନବଗଠିତ ହେବା ସ୍ମୃତିରେ ଅପ୍ରେଲ ମାସ ୧ ତାରିଖ ଦିନ ଉତ୍କଳ ଦିବସ (ଓଡ଼ିଶା ଦିବସ) ପାଳନ କରାଯାଇଥାଏ । ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ । ୧୫୬୮ରେ ଶେଷ ହିନ୍ଦୁ ରାଜା ମୁକୁନ୍ଦ ଦେବଙ୍କ ଦେହାନ୍ତ ପରେ, ବ୍ରିଟିଶ ଶାସନରୁ ଅଲଗା ହୋଇ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତିଙ୍କ ଚେଷ୍ଟାରେ ଆନ୍ଦୋଳନ ତେଜିଥିଲା । ପ୍ରଥମେ ଓଡ଼ିଶା ରାଜ୍ୟ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ୱର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ତିଆରି କରାଯାଇଥିଲା । ସାର ଅଷ୍ଟିନ ହବାକ ଓଡ଼ିଶାର ପହିଲା ରାଜ୍ୟପାଳ ଭାବରେ ଶପଥ ନେଇଥିଲେ । ୧୯୩୬ ମସିହା ଏପ୍ରିଲ ପହିଲା ଦିନ ଓଡ଼ିଶାକୁ ଏକ ସ୍ୱତନ୍ତ୍ର ରାଜ୍ୟର ମାନ୍ୟତା ମିଳିଲା। ୧୯୯୨ ମସିହାରେ ଓଡ଼ିଶାର ୧୩ଟି ଜିଲ୍ଲାକୁ ପୁନର୍ବିଭାଜନ କରି ୩୦ଟି ଜିଲ୍ଲାରେ ଭାଗ କରାଗଲା । ପ୍ରତି ବର୍ଷ ଏପ୍ରିଲ ପହିଲା ଦିନଟିକୁ ଓଡ଼ିଶା ଦିବସ ରୂପେ ପାଳନ କରା ଯାଇ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର କର୍ଣ୍ଣଧାରମାନଙ୍କୁ ସମ୍ମାନ ଅର୍ପଣ କରାଯାଏ । , ଏବେ ଓଡ଼ିଶାରେ ୩୦ଟି ଜିଲ୍ଲା ରହିଛି ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଟୁକୁନି ସାହୁ ଜଣେ ଓଡ଼ିଆ ରାଜନୀତିଜ୍ଞା । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ଟୁକୁନି ଓଡ଼ିଶା ବିଧାନ ସଭାର ଜଣେ ସଭ୍ୟା ଭାବରେ କାର୍ଯ୍ୟ କରିଥିଲେ । ୨୦୧୪ ମସିହାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ଟିଟଲାଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ତଥା ସେଠାକାର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂହ ଭୋଇଙ୍କୁ ୧୪,୦୨୨ ଖଣ୍ଡ ଭୋଟରେ ପରାସ୍ତ କରି ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ରଙ୍ଗବତୀ (ରଙ୍ଗବତୀ କନକଲତା ନାମରେ ମଧ୍ୟ ଜଣା), ଓଡ଼ିଶାର ଏକ ଲୋକଗୀତ । ଏହା ପ୍ରଥମେ ଅଲ ଇଣ୍ଡିଆ ରେଡ଼ିଓ ପାଇଁ ସତୁରି ଦଶକର ମଝି ଆଡ଼କୁ ରେକର୍ଡ଼ କରାଯାଇଥିଲା । ଜଣାଶୁଣା ହେବା ପରେ କଲିକତାର ଏକ ରେକର୍ଡ଼ କମ୍ପାନି ୧୯୭୬ରେ ଏହାକୁ ରେକର୍ଡ଼ କରିଥିଲା । କିଛି ଅସୁବିଧା ସକାଶେ ରେକର୍ଡ଼ ବିତରଣ କିଛି କାଳ ରୋକାଯାଇଥିଲେ ହେଁ ପରେ ୧୯୭୮-୧୯୭୯ରେ ଏହା ବିତରିତ ହୋଇଥିଲା ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଲିନକ୍ସ (ଇଂରାଜୀ:linux) ଅଧିକାଂଶ କ୍ଷେତ୍ରରେ ଇଉନିକ୍ସ(UNIX) ପରି ମନେହୁଏ ଓ ଇଉନିକ୍ସ ପରି ଦେଖାଯାଏ । କିନ୍ତୁ ଲିନକ୍ସ , ଇଉନିକ୍ସ ଅପେକ୍ଷା ନୂଆ ଅଟେ । ଏହାର ଗଠନ ଆରମ୍ଭ ହେଲା ୧୯୯୧ରେ , ଯେତେବେଳେ ଜଣେ ଫିନ୍ (Finnish) ଛାତ୍ର "ଲିନସ ଟରୱାଲଡସ୍" (Linus Torvalds) ଲିନକ୍ସର ଲେଖା ଆରମ୍ଭ କଲେ, ୮୦୩୮୬ ପ୍ରୋସେସର ପାଇଁ ଏକ ଛୋଟିଆ କର୍ନେଲ(Kernel) ଟିଏ ।ବିକାଶର ପ୍ରାରମ୍ଭରୁ ହିଁ , ଲିନକ୍ସର ସୋର୍ସ୍ କୋଡ୍(Sorce Code) ମାଗଣାରେ ଇଣ୍ଟର୍ନେଟରେ ଉପଲବ୍ଧ ହେଉଥିଲା । ତଦ୍ଦ୍ୱାରା ଲିନକ୍ସର ଇତିହାସକୁ ସାରା ବିଶ୍ୱର ବ୍ୟବହାରକାରୀ ପରିପୃଷ୍ଠ କରି ଚାଲିଲେ । ପ୍ରଥମ କର୍ନେଲ, ଯେଉଁଥିରେ ଇଉନିକ୍ସ ସିଷ୍ଟମର ଅଳ୍ପ କିଛି ଅଂଶ ବ୍ୟବହାର କରଯାଇଥିଲା, କ୍ରମେ ଏହା ଇଉନିକ୍ସର ଅନ୍ୟାନ୍ୟ ବହୁତ ବିଭାଗକୁ ମିଶାଇ ଚାଲିଲା ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ୱାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ୱର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ୱର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ୱାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ୱତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
ଶାନ୍ତନୁ ଆଚାର୍ଯ୍ୟ ଜଣେ ଖ୍ୟାତନାମା ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ପଶ୍ଚିମବଙ୍ଗର କଲିକତାଠାରେ ୧୫ ମଇ ୧୯୩୩ ମସିହାରେ ଜନ୍ମ ଲାଭ କରିଥିଲେ । ଶାନ୍ତନୁ ପ୍ରଥମେ ସମ୍ବଲପୁରର ଓରିଏଣ୍ଟ କାଗଜ କଳରେ କେମିଷ୍ଟ ଭାବେ ବୃତ୍ତିଗତ ଜୀବନ ଆରମ୍ଭ କରିଥିଲେ । କମ୍ପାନୀ କର୍ତ୍ତୃପକ୍ଷଙ୍କ ସହ ମନାନ୍ତର ହେବା ପରେ ୧୯୫୮ ମସିହା ଜାନୁଆରୀ ୩ତାରିଖରେ ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମହାବିଦ୍ୟାଳୟ, ପାରଳାଖେମୁଣ୍ଡିର ରସାୟନ ବିଭାଗରେ ଅଧ୍ୟାପକ ଭାବେ ଯୋଗ ଦେଇଥିଲେ । ତା'ଙ୍କ ସହ ସେହି ଦିନ ମହାପାତ୍ର ନୀଳମଣି ସାହୁ ମଧ୍ୟ ଓଡ଼ିଆ ବିଭାଗର ଅଧ୍ୟାପକ ଭାବେ ସେହି ମହାବିଦ୍ୟାଳୟରେ କାର୍ଯ୍ୟାରମ୍ଭ କରିଥିଲେ ।
କଳାହାଣ୍ଡି (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'କଳାହାଣ୍ଡି' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ପିଲାଙ୍କ ଉଦ୍ଦେଶ୍ୟରେ ଲିଖିତ ସାହିତ୍ୟ ହେଉଛି ଶିଶୁ ସାହିତ୍ୟ । ଓଡ଼ିଶାରେ ଶିଶୁ ସାହିତ୍ୟର ଏକ ବିସ୍ତୃତ ଇତିହାସ ଅଛି । ଆଈର କାହାଣୀ ପେଡି ,ମାଆର ଜହ୍ନମାମୁ ଗୀତ, ସାଙ୍ଗ ସାଥୀଙ୍କ ସହ ଖେଳିବା ବେଳେ ଶିଶୁ ମୁହଁର ଗୀତ ସବୁ ପୁରାକାଳରେ ଶିଶୁର ବିନୋଦନ ଓ ମନୋରଞ୍ଜନ କ୍ଷେତ୍ରରେ ସହାୟକ ହେଉଥିଲା । ଏସବୁ ଶିଶୁ ସାହିତ୍ୟ ଆରମ୍ଭ ପର୍ଯ୍ୟାୟର କଥା । ପରବର୍ତ୍ତୀ ସମୟରେ ବିଭିନ୍ନ ପୁରାଣ କାହାଣୀ ,ରହସ୍ୟ କଥା ଓ କଉତୁକ ଗୀତସବୁ ଶିଶୁର କଅଁଳ ମନକୁ ବେଶ କିଛି ବର୍ଷ ଧରି ପ୍ରଭାବିତ କରି ରଖିଥିଲା । ଓଡ଼ିଆରେ ରଚିତ ଶିଶୁ ଉପଯୋଗୀ ଲେଖା (କବିତା, ଗପ, ଉପନ୍ୟାସ) ଓଡ଼ିଆ ଶିଶୁ ସାହିତ୍ୟର ମୁଖ୍ୟ ବିଭବ ।
ଫ୍ଲୁଟିକାସୋନ ପ୍ରୋପିଓନେଟ (ଇଂରାଜୀ ଭାଷାରେ Fluticasone propionate) ବିକ୍ରୟ ନାମ ଫ୍ଲୋଭେଣ୍ଟ/ Flovent ଓ ଫ୍ଲୋନେଜ/ Flonase) ଏକ ପ୍ରକାର ସ୍ଟିରଏଡ (steroid) ଇଞ୍ଜେକସନ । ଆଜ୍ମା ଓ ସିଓପିଡି ରୋଗର ଦୀର୍ଘକାଳୀନ ଆଘ୍ରାଣ ଚିକିତ୍ସା ନିମନ୍ତେ ଏହା ଦିଆଯାଏ । ହେଫିଭର (hay fever) ଓ ନାଜାଲ ପଲିପ (nasal polyps) ରୋଗର ଚିକିତ୍ସା ନିମନ୍ତେ ନାକରେ ବ୍ୟବହାର କରାଯାଏ ।ଉର୍ଦ୍ଧ୍ୱ ଶ୍ୱାସନଳୀ ସଂକ୍ରମଣ (upper respiratory tract infections), ସାଇନୁସାଇଟିସ, କାଣ୍ଡିଡିଆସିସ (thrush) ଓ କାଶ (cough) ରୋଗ ନିମନ୍ତେ ଏହି ଔଷଧ ଆଘ୍ରାଣ କରାଯାଏ । ଏହାର ପାର୍ଶ୍ୱ ପ୍ରତିକ୍ରିୟାରେ ନାକ ରକ୍ତସ୍ରାବ (en:nosebleeding) ଓ ତଣ୍ଟି ଦରଜ ହୋଇପାରେ । ଏହି ଔଷଧ ପ୍ରଦାହକୁ (inflammation) କମେଇଦିଏ ।ସନ ୧୯୮୦ରେ ଫ୍ଲୁଟିକାସୋନ ପ୍ରୋପିଓନେଟ ପେଟେଣ୍ଟ ହେବା ପରେ ସନ ୧୯୯୦ରେ ଡାକ୍ତରୀ ବ୍ୟବହାର ନିମନ୍ତେ ସ୍ୱୀକୃତ ହୋଇଥିଲା । ଏହା ଜେନେରିକ ଔଷଧ ନାମରେ (generic medication) ବିକ୍ରୟ ହୁଏ । ଯୁକ୍ତରାଷ୍ଟ୍ର ଆମେରିକାରେ ସନ ୨୦୧୮ରେ ଏହି ଔଷଧ ବାବଦ ଏକ ସ୍ପ୍ରେ ବାବଦରେ ୦.୩୩ ଆମେରିକୀୟ ଡଲାର ଖର୍ଚ୍ଚ ହୁଏ । ସନ ୨୦୧୯ରେ ସଂଯୁକ୍ତ ରାଷ୍ଟ୍ରରେ (United Kingdom) ଏନଏଚଏସକୁ (NHS) ଏହାର ଏକ ସ୍ପ୍ରେ ପିଛା ପ୍ରାୟ ୦.୧୩ ପାଉଣ୍ଡ ଖର୍ଚ୍ଚ କରିବାକୁ ପଡ଼ୁଥିଲା । ସନ ୨୦୧୬ରେ ଏହି ଔଷଧ ୨୯ ନିୟୁତ ପ୍ରେସକ୍ରିପସନ ହୋଇ ସର୍ବାଧିକ ପ୍ରେସକ୍ରିପସନ ତାଲିକାରେ ୧୬ ତମ ସ୍ଥାନରେ ଥିଲା ।
ଚାଲ୍ ଟିକେ ଦୁଷ୍ଟ ହେବା, ୨୦୧୯ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟି ତରଙ୍ଗ ସିନେ ପ୍ରଡ଼କ୍ସନ ବ୍ୟାନନରେ ନିର୍ମିତ ହୋଇଥିଲା । ଦଶରଥ ସିଂହ ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ । ତାପସ ସରଘରିଆ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ରିଶାନ, ଶାୟଲ ଓ ମହିମା । ମୁଖ୍ୟ ଭୂମିକାରେ ଥିବା ଏହି କଳାକାରମାନେ ଏହି କଥାଚିତ୍ର ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ କରିବା ଆରମ୍ଭ କରିଥିଲେ । ମିହିର ଦାସ, ପ୍ରଦ୍ୟୁମ୍ନ ଲେଙ୍କା, ସରୋଜ ଦାସ, ତ୍ରିଭୁବନ ପଣ୍ଡା, ପ୍ରିୟଙ୍କା ପଟ୍ଟନାୟକ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ଓଡ଼ିଶାରେ ଫଗୁ ଦଶମୀରୁ ଦୋଳ ଯାତ୍ରା ଆରମ୍ଭ ହୋଇଥାଏ । ଏହାର ଗୁରୁତ୍ୱ ବୈଷ୍ଣବ ଧର୍ମ ପରମ୍ପରାର ପ୍ରଚାର ଓ ପ୍ରସାର ସହିତ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ତେବେ ଏହା ମୁଖ୍ୟତଃ ଗ୍ରାମ ଗ୍ରାମ ମଧ୍ୟରେ, ଗୋଷ୍ଠୀ ଗୋଷ୍ଠୀ ମଧ୍ୟରେ, ବ୍ୟକ୍ତି ବ୍ୟକ୍ତି ମଧ୍ୟରେ ଏକ ସ୍ନେହ, ସଦ୍ଭାବ ଓ ପାରମ୍ପାରିକ ସୌହାର୍ଯ୍ୟର ପରିଚାୟକ ପର୍ବ ଭାବରେ ପାଳିତ ହୋଇଥାଏ । ପୃଥିବୀରେ ନୂତନ ଶିହରଣ ଜଗାଇ ପାରିବା ଭଳି ଶକ୍ତିରେ ଶକ୍ତିମନ୍ତ ଋତୁରାଜ ବସନ୍ତକୁ ସ୍ୱାଗତ ଜଣାଇବା ପାଇଁ ଦୋଳଯାତ୍ରାର ଆୟୋଜନ ବୋଲି ଗ୍ରହଣ କରାଯାଇଥାଏ। ଦ୍ୱାଦଶ ଶତାବ୍ଦୀର ଓଡ଼ିଆ ଜ୍ୟୋତିର୍ବିଦ ଶତାନନ୍ଦଙ୍କ ରଚିତ ଶତାନନ୍ଦ ସଂଗ୍ରହରେ ଦୋଳଯାତ୍ରା ସଂପର୍କରେ ବିଭିନ୍ନ ବର୍ଣ୍ଣନାରୁ ସ୍ପଷ୍ଟ ଅନୁମିତ ହୁଏ ଯେ ଅତି କମରେ ଦୀର୍ଘ ଆଠଶହ ବର୍ଷ ତଳୁ ଓଡ଼ିଶାରେ ଦୋଳଯାତ୍ରା ପାଳିତ ହୋଇ ଆସୁଛି । ସାଧାରଣତଃ ଏହି ଯାତ୍ରା ପାଞ୍ଚଦିନ ପାଇଁ ମହାସମାରୋହରେ ପାଳିତ ହୋଇ ରଜଦୋଳ ବା ପଞ୍ଚୁଦୋଳ ନାମରେ ନାମିତ ହୋଇଥାଏ । କେତେକ ସ୍ଥାନରେ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ଆରମ୍ଭ ହୋଇ ପାଞ୍ଚଦିନ ପର୍ଯ୍ୟନ୍ତ ପଞ୍ଚଦୋଳ ଭାବେ ଯାତ୍ରା ପାଳନ କରାଯିବାବେଳେ ଆଉ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନକୁ ପର୍ବର ଶେଷ ଦିବସ ରୂପେ ରଜଦୋଳ ନାମରେ ନାମିତ ହୋଇ ଏହି ଯାତ୍ରା ଶେଷହୁଏ । ଯେଉଁ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନରୁ ଆରମ୍ଭ ହୋଇ ଛଅଦିନ ପର୍ଯ୍ୟନ୍ତ ଏହି ପର୍ବ ପାଳିତ ହୋଇଥାଏ, ସେଠାରେ ଛଅଦୋଳ ଏବଂ ଯେଉଁଠି ନଅଦିନ ପର୍ଯ୍ୟନ୍ତ ପାଳନ କରାଯାଇପାରେ ସେଠାରେ ଏହାକୁ ନବଦୋଳ ବୋଲି କୁହାଯାଏ। ଅନେକ ସ୍ଥାନରେ ସାତଦିନ ଓ ଦଶଦିନ ଧରି ଦୋଳଯାତ୍ରା ଆୟୋଜିତ ହେବାର ଦୃଷ୍ଟାନ୍ତ ମଧ୍ୟ ରହିଛି ।
ହନୁ ମାଙ୍କଡ଼ ବା ହନୁମାନ ଲଂଗୁର୍ ଭାରତୀୟ ଉପମହାଦ୍ୱୀପରେ ସର୍ବବ୍ୟାପ୍ତ ବାନର ପ୍ରଜାତି ଓ ଆଦି ବାନରମାନଙ୍କ ମଧ୍ୟରୁ ଅନ୍ୟତମ । ଏମାନଙ୍କ ପ୍ରଜାତିର ଜୀବବିଜ୍ଞାନ ନାମ ହେଲା Semnopithecus, ଯାହା ଗ୍ରୀକ୍ ଶବ୍ଦ σεμνός (semnós ଅର୍ଥାତ୍ -ପବିତ୍ର) ଓ πίθηκος (píthēkos ଅର୍ଥାତ୍ - ବାନର)ର ସମ୍ମିଶ୍ରଣରୁ ସୃଷ୍ଟ । ଏମାନଙ୍କ ସମସ୍ତ ପ୍ରଜାତି Semnopithecus entellus ମୁଖ୍ୟ ପ୍ରଜାତିର ଅଂଶ ଭାବେ ପରିଗଣିତ ହୁଅନ୍ତି । ୨୦୦୧ ମସିହାରେ ପୂର୍ବରୁ ଆବିଷ୍କୃତ କିଛି ଭିନ୍ନ ଭିନ୍ନ ଉପ-ପ୍ରଜାତିଙ୍କୁ ପ୍ରଜାତି ଭାବେ ଗଣନା କରାଯିବାରୁ ୭ଟି ଭିନ୍ନ ପ୍ରଜାତିର ସୃଷ୍ଟି ହେଲା । ଅଳ୍ପ ଉପ-ପ୍ରଜାତି ବିଶିଷ୍ଟ ଆଉ ଏକ ପ୍ରସ୍ତାବିତ ଶ୍ରେଣୀ ବିଭାଗ ମଧ୍ୟ ରହିଛି । Trachypithecus ପ୍ରଜାତିର ଉପ-ପ୍ରଜାତି ଭାବେ ପରିଗଣିତ ନୀଳଗିରି ହନୁ ମାଙ୍କଡ଼ ଓ ବାଇଗଣୀମୁହାଁ ହନୁ ମାଙ୍କଡ଼ ପ୍ରକୃତରେ Semnopithecus' ପ୍ରଜାତିର ବୋଲି ଜେନେଟିକ୍ ପ୍ରମାଣ ମିଳିଛି ।
କର୍କଟ ରୋଗ ଏକ ପ୍ରକାର ଦୃତ ବୃଦ୍ଧି ସମ୍ପନ୍ନ ଅର୍ବୁଦ (ଇଂରାଜୀରେ Malignant tumour) ରୋଗ ଯେଉଁଥିରେ ଜୀବକୋଷମାନଙ୍କର ଅସ୍ୱଭାବିକ ଭାବରେ ଦୃତ ଗତିରେ ବୃଦ୍ଧି ପାଇଥାଏ ଏବଂ କେତେକ କ୍ଷେତ୍ରରେ ଶରୀରର ରୋଗଗ୍ରସ୍ତ ସ୍ଥାନରୁ ପାର୍ଶ୍ୱବର୍ତ୍ତୀ ସ୍ଥାନ ବା ଦୂରବର୍ତ୍ତୀ ସ୍ଥାନକୁ ରୋଗଗ୍ରସ୍ତ କୋଷଗୁଡ଼ିକ ସ୍ଥାନାନ୍ତରିତ ହେବାର ସମ୍ଭାବନା ଥାଏ । ସମସ୍ତ ଅର୍ବୁଦ କର୍କଟ ନୁହେଁ; ମୃଦୁ ଅର୍ବୁଦ (Benign tumour) ରୋଗ ଅଛି ଯାହା ଅନ୍ୟ ସ୍ଥାନକୁ ମାଡ଼ିଯାଏ ନାହିଁ । ପ୍ରଥମରୁ କୌଣସି ଆବୁ ଅନିୟନ୍ତ୍ରିତ ଭାବେ ବୃଦ୍ଧି ହୋଇନଥାଏ କିମ୍ବା ଅନ୍ୟ ପାଖାପାଖି କୋଷମାନଙ୍କୁ ଆକ୍ରାନ୍ତ କରିନଥାଏ । ସମ୍ଭାବ୍ୟ ଲକ୍ଷଣ ଓ ଚିହ୍ନ ମଧ୍ୟରେ ନୂଆ ଆବୁ (Lump), ଅସାଧାରଣ ରକ୍ତସ୍ରାବ, ଲମ୍ବା ସମୟ ଧରି କାଶ, ଅକାରଣ ଓଜନ ହ୍ରାସ ଓ ଖାଦ୍ୟନଳୀ ଚଳନର ପରିବର୍ତ୍ତନ ଦେଖାଯାଏ । ଏହି ସମସ୍ତ ଲକ୍ଷଣ କର୍କଟରେ ଥିଲେ ମଧ୍ୟ ଅନ୍ୟ କାରଣ ଯୋଗୁ ଦେଖାଯାଇପାରେ । ୧୦୦ରୁ ଅଧିକ ପ୍ରକାରର କର୍କଟ ମନୁଷ୍ୟକୁ ଆକ୍ରମଣ କରିପାଏ । କର୍କଟ ରୋଗ ଅନିୟନ୍ତ୍ରିତ ଭାବେ କୋଷ ବୃଦ୍ଧି କରିଥାଏ ଏବଂ ଶରୀରରେ କ୍ଷତିକାରକ ଆବୁ (Tumor) ସୃଷ୍ଟି କରିଥାଏ ।
ଢେଙ୍କାନାଳ (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'ଢେଙ୍କାନାଳ' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ଭାରତୀୟ ସାଧାରଣ ନିର୍ବାଚନ, ୧୭ତମ ଲୋକ ସଭା ସଦସ୍ୟମାନଙ୍କୁ ନିର୍ବାଚିତ କରିବାକୁ ୨୦୧୯ ମସିହା ଅପ୍ରେଲ ମାସ ୧୧ ତାରିଖରୁ ଆରମ୍ଭ କରି ମଇ ମାସ ୧୯ ତାରିଖ ପର୍ଯ୍ୟନ୍ତ ସାତଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ । ମଇ ମାସ ୨୩ ତାରିଖରେ ଭୋଟ ଗଣନା ହୋଇ ଫଳାଫଳ ପ୍ରକାଶ ପାଇବ ।ବିଧାନ ସଭା ନିର୍ବାଚନ ମଧ୍ୟ ନିମ୍ନୋକ୍ତ ରାଜ୍ୟଗୁଡ଼ିକରେ ଏହି ସମୟରେ ଏକା ସାଙ୍ଗରେ ହେବ: ଆନ୍ଧ୍ର ପ୍ରଦେଶ, ଅରୁଣାଞ୍ଚଳ ପ୍ରଦେଶ, ଓଡ଼ିଶା, ଜମ୍ମୁ ଓ କାଶ୍ମୀର ଏବଂ ସିକ୍କିମ । ଓଡ଼ିଶାରେ ଚାରୋଟି ପର୍ଯ୍ୟାୟରେ ୧୧, ୧୮, ୨୩ ଏବଂ ୨୯ ଅପ୍ରେଲ ମାସରେ ନିର୍ବାଚନ ହେବ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ବଲାଙ୍ଗୀର (ଲୋକ ସଭା ନିର୍ବାଚନ ମଣ୍ଡଳୀ)
ବଲାଙ୍ଗୀର ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ନିତ୍ୟାନନ୍ଦ ମହାପାତ୍ର ଭଦ୍ରକ ଜିଲ୍ଲାର ତାଳପଦାଠାରେ ୧୭ ଜୁଲାଇ ୧୯୧୨, ରଥଯାତ୍ରା ଦିନ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜ୍ୟେଷ୍ଠ ପୁତ୍ର ଭାବେ ଜନ୍ମଗ୍ରହଣ କରିଥିଲେ । ସେ ଜଣେ ସାରସ୍ୱତ ସାଧକ, ସ୍ୱାଧୀନତା ସଂଗ୍ରାମୀ ଓ ରାଜନେତା ଥିଲେ । ସେ ଭଦ୍ରକ ନିର୍ବାଚନ ମଣ୍ଡଳୀରୁ ତିନିଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ୧୯୬୭-୭୧ରେ ସେ ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ନେତୃତ୍ୱାଧିନ ସ୍ୱତନ୍ତ୍ର ଜନ କଂଗ୍ରେସ ଶାସନ ସମୟରେ ସେ ରାଜ୍ୟ ସରକାରଙ୍କ ଖାଦ୍ୟ ଯୋଗାଣ ବିଭାଗ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଥିଲେ । ସେ ଥରେ ଜନ କଂଗ୍ରେସରୁ ଓ ଦୁଇଥର ସ୍ୱାଧୀନ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ବ୍ରିଟିଶ ଶାସନ ବିରୁଦ୍ଧରେ ସ୍ୱରଉତ୍ତୋଳନ କରି ସେ ତିନିଥର କାରାବରଣ କରିଥିଲେ ।୧୭ ଅପ୍ରେଲ ୨୦୧୨ରେ ସେ ଶ୍ୱାସନଳୀ ଜନିତ ରୋଗରେ ପୀଡ଼ିତ ହୋଇ ମୃତ୍ୟୁବରଣ କରିଥିଲେ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ୱାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ୱାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ଇଲୋକ୍ଟ୍ରୋନିକ ମେଲ ବା ଡାକ, ସାଧାରଣତଃ ଇମେଲ ବୋଲି ୧୯୯୩ ମସିହାରୁ ଜଣାଯାଏ । ଏହା ଦ୍ୟାରା ଇଣ୍ଟରନେଟ ମାଧ୍ୟମରେ ଗୋଟିଏ ବ୍ୟବହାରକାରୀ ଅନ୍ୟ ଏକ ବ୍ୟାବ ହାରକାରୀକୁ ବାର୍ତ୍ତା ରେକର୍ଡ କରାଯାଇଥିବା ବାର୍ତ୍ତା, ଛବି , ଭିଡିଓ ଆଦି ପଠାଇ ପାରିବ । ପୂର୍ବରୁ ତତ୍-କ୍ଷାଣତ ବାର୍ତ୍ତାବାହ ଭଳି ବାର୍ତ୍ତା ପଠାଳୀ ଓ ବାର୍ତ୍ତା ଗ୍ରହଣକାରୀ ଦୁଇ ଜଣକୁ ଏକା ସମୟରେ ଅନଲାଇନ ରହିବାକୁ ପଡୁଥିଲା । କିନ୍ତୁ ବର୍ତ୍ତମାନ store-and-forward (ସଞ୍ଚୟ କରି ଆଗକୁ ବଢିବା) ପ୍ରକ୍ରିୟାକୁ ଆଧାରିତ କରି ପ୍ରସ୍ତୁତ କରାଯାଇଥିବାରୁ ଏକ ସମୟରେ ଦୁଇ ଜଣଙ୍କୁ ଅନଲାଇନ ରହିବା ଆବଶ୍ୟକ ପଡୁନାହିଁ ।
ଉଦୟଗିରି ଓ ଖଣ୍ଡଗିରି ଗୁମ୍ଫା ଅଧା ପ୍ରକୃତିକ ଓ ଅଧା ମଣିଷଦ୍ୱାରା ତିଆରି ଯାହାର ଐତିହାସିକ, ପୁରାତନ ତତ୍ତ୍ୱ ଓ ଧାର୍ମିକ ଗୁରୁତ୍ତ୍ୱ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱରଠାରେ ଅବସ୍ଥିତ । ଗୁମ୍ଫାଗୁଡିକ ଦୁଇଟି ପାହାଡ଼ ଉଦୟଗିରି ଓ ଖଣ୍ଡଗିରିରେ ରହିଛି ଯାହା ହାତୀଗୁମ୍ଫାର ଶିଳାଲେଖରେ କୁମାରୀ ପର୍ବତ ନାମରେ ମଧ୍ୟ ଜଣା ଓ ଏହି ଦୁଇ ପାହାଡ଼ ଉଭୟଙ୍କ ଆଡକୁ ମୁଁହାଇ ରାସ୍ତାର ଦୁଇ ପାଖରେ ଅଛନ୍ତି ।ଖଣ୍ଡଗିରିରେ ୧୫ଟି ଗୁମ୍ଫା ଥିବାବେଳେ ଉଦୟଗିରିରେ ୧୮ଟି ଗୁମ୍ଫା ରହିଛି । ହାତୀ ଗୁମ୍ଫା ନିକଟରେ ବାରଭୁଜା ଦେବୀଙ୍କର ଏକ ମନ୍ଦିର ଅଛି।
ପ୍ରତିବର୍ଷ ଚୈତ୍ର ମାସ କୃଷ୍ଣପକ୍ଷ ତ୍ରୟୋଦଶୀ ତିଥିରେ ବାରୁଣୀ ସ୍ନାନ ଯୋଗ ପଡ଼େ । ଚୈତ୍ର କୃଷ୍ଣ ତ୍ରୟୋଦଶୀ ଦିନ ଯଦି ଶନିବାର ବା ଶତିଭିକ୍ଷା ନକ୍ଷତ୍ର ଓ ଜ୍ୟୋତିଷମତରେ ଶୁଭଯୋଗ ପଡ଼େ ତେବେ ଏହାକୁ ବାରୁଣୀଯୋଗ ବୋଲାଯାଏ, ଯେବେ ଶନିବାର ଓ ଶତିଭିକ୍ଷା ନକ୍ଷତ୍ର ଉଭୟ ସେ ଦିନ ପଡ଼ନ୍ତି ତେବେ ଏହାକୁ ମହାବାରୁଣୀ ଯୋଗ କହାଯାଏ ।ଏହି ବାରୁଣୀ ଓ ମହାବାରୁଣୀ ଯୋଗରେ ଗଙ୍ଗାରେ ସ୍ନାନ କଲେ ଶତସଂଖ୍ୟକ ସୂର୍ଯ୍ୟୋପରାଗରେ ଅନୁଷ୍ଠିତ ଧର୍ମକାର୍ଯ୍ୟର ପୂଣ୍ୟ ଫଳ ମିଳେ ତୀର୍ଥରାଜ ସମୁଦ୍ରରେ ଗଙ୍ଗା ନଦୀ ପଡ଼ିଥିବାରୁ ସମୁଦ୍ରରେ ମଧ୍ୟ ଲୋକେ ଏହି ଯୋଗରେ ସ୍ନାନ କରନ୍ତି ଓ ଅନ୍ୟାନ୍ୟ ସମୁଦ୍ରଗାମିନୀ ନଦୀମାନଙ୍କରେ ମଧ୍ୟ ସ୍ଥାନୀୟଲୋକ ବାରୁଣୀ ବୁଡ଼ ପାରନ୍ତି । ପୁରୀରେ ମହୋଦଧିରେ ତଥା ଯାଜପୁରର ଐତିହାସିକ ଦଶାଶ୍ୱମେଧ ଘାଟ ନିକଟରେ ବୈତରଣୀ ନଦୀରେ ଏହିଦିନରେ ଶ୍ରଦ୍ଧାଳୁମାନେ ବାରୁଣୀବୁଡ଼ ପକାଇଥାନ୍ତି । ପୁରୀ ସଦର ଉପଖଣ୍ଡରେ ବରାଳ ବାଲୁଙ୍କେଶ୍ୱର ମହାଦେବଙ୍କ ମନ୍ଦିରର ନିକଟବର୍ତ୍ତୀ ଭାର୍ଗବୀ ନଦୀରେ ଏବଂ ଅନ୍ୟ କେତେକକ ସ୍ଥାନରେ ଏହି ଦିନ ବୁଡ଼ ପଡ଼େ । ଋଷିକୁଲ୍ୟା ନଦୀ ଉତ୍ତରବାହିନୀ ହୋଇଥିବା ସ୍ଥାନ ଗଞ୍ଜାମରେ ସୋରଡ଼ା ନିକଟସ୍ଥ ପଞ୍ଚାନନ ପ୍ରଭୂଙ୍କ ନିକଟରେ, ଧରାକୋଟର ଚନ୍ଦ୍ରକଳ୍ପେଶ୍ୱରଙ୍କ ନିକଟରେ, ଆସିକା ସୁବର୍ଣ୍ଣେଶ୍ୱରଙ୍କ ନିକଟରେ ପ୍ରତାପପୁର ତୁମ୍ବେଶ୍ୱର ଓ ଗଞ୍ଜାମ ନଗରୀର ପଶ୍ଚିମରେ ଲୋକନାଥ ସ୍ୱାମୀଙ୍କ ନିକଟସ୍ଥ ସ୍ଥାନୀଯ ଲୋକ ବାରୁଣୀ ସ୍ନାନ କରନ୍ତି । କେନ୍ଦ୍ରାପଡ଼ା ଜିଲ୍ଲାର ଇନ୍ଦୁପୁରର ତ୍ରିବେଣୀ ସଙ୍ଗମଠାରେ ମଧ୍ୟ ବହୁତ ଲୋକ ବାରୁଣୀ ସ୍ନାନ କରିଥାନ୍ତି ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣାଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URIଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URLଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ଚିଲିକା ଓଡ଼ିଶାର ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମ ଜିଲ୍ଲାରେ ବ୍ୟାପିଥିବା ଏକ ଲବଣାକ୍ତ ହ୍ରଦ । ଏହା ଓଡ଼ିଶାର ସବୁଠୁ ବଡ଼ ହ୍ରଦ । ଅଂଶୁପା ଓ ସର ମଧୁରଜଳ ହ୍ରଦ ହୋଇଥିବା ବେଳେ ଚିଲିକା ହେଉଛି ଲବଣାକ୍ତ ଜଳ ( Brackish Water) ହ୍ରଦ। ଏଠାରେ ଥିବା ନଳବଣ ବିଦେଶୀ ପକ୍ଷୀମାନଙ୍କ ଶୀତକାଳୀନ ବାସସ୍ଥାନ । ଚିଲିକାରେ ଶୀତଦିନ ବିତାଇବା ପାଇଁ ଏମାନେ ହଜାର ହଜାର ମାଇଲ ଉଡ଼ି ସୁଦୂର ଉତ୍ତର ଗୋଲାର୍ଦ୍ଧ ଓ ସାଇବେରିଆ ଅଞ୍ଚଳରୁ ଆସନ୍ତି । ଏଠାରେ ଥିବା ପରିକୁଦ ଓ ମାଲୁଦ ଦ୍ୱୀପରେ ଥିବା ମନ୍ଦିର ପର୍ଯ୍ୟଟକମାନଙ୍କ ପାଇଁ ଅନ୍ୟତମ ଆକର୍ଷଣ । ପ୍ରକୃତିର ବିବିଧତା ଏଠାରେ ଫୁଟିକରି ଦେଖାଯାଏ । ବିଭିନ୍ନ ପ୍ରକାରର ପକ୍ଷୀ, ସାମୁଦ୍ରିକ ପ୍ରାଣୀ, ଉଦ୍ଭିଦମାନଙ୍କର ଏହା ଗନ୍ତାଘର ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ୱତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହାଦ୍ୱାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ୱ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି ।
ଓଡ଼ିଶାର ବିଧାନ ସଭା ନିର୍ବାଚନ ମଣ୍ଡଳୀ ତାଲିକା
ଓଡ଼ିଶାର ୧୪୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀ ଓ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ସଭ୍ୟମାନଙ୍କ ତାଲିକା ।ସୂଚନା:
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ଲକ୍ଷ୍ମଣ ନାୟକ (୨୨ ନଭେମ୍ବର ୧୮୯୯ - ୨୯ ମାର୍ଚ୍ଚ ୧୯୪୩) ଓଡ଼ିଶାର ଜଣେ ଅଗ୍ରଣି ସ୍ୱାଧୀନତା ସଂଗ୍ରାମୀ । ଆଦିବାସୀ ପାଇଁ ସେ ମାଲକାନାଗିରିର ଗାନ୍ଧି ଭାବେ ପ୍ରସିଦ୍ଧ ଥିଲେ । ଲକ୍ଷ୍ମଣ ନାୟକ ୧୮୯୯ ମସିହା ନଭେମ୍ବର ୨୨ ତାରିଖରେ କୋରାପୁଟ ଜିଲ୍ଲା (ବର୍ତ୍ତମାନର ମାଲକାନଗିରି ଜିଲ୍ଲା)ର ତେନ୍ତୁଲିଗୁମ୍ମା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଲକ୍ଷ୍ମଣ ଥିଲେ ଦ୍ୱିତୀୟ ସନ୍ତାନ, ବଡଭାଇ ସନିଆ ଓ ସାନଭାଇ ଧନ ଭୁମିୟା । ତାଙ୍କ ପିତା ପଦଲମ ନାୟକ ଜାତିରେ ବୀର ଭୁମିୟା ଓ ଚାଷ ଥିଲା ଜୀବିକା । ଗ୍ରାମବାସୀଙ୍କ ମନୋନୟନ ଅନୁଯାୟୀ ତାଙ୍କୁ କୋରାପୁଟ ରାଜା ତୃତୀୟ ବିକ୍ରମଦେବ (ରାଜଗାଦୀ ୧୮୮୯ରୁ ୧୯୨୦ ) ମୁସ୍ତାଦାର ବା ନାୟକ ପଦର ନିୟୁକ୍ତ କରିଥିଲେ । ଦାୟିତ୍ୱ ଥିଲା ତେନ୍ତୁଲିଗୁମା,ବେଜୁଣୀଗୁଡା,ଲେକିଗୁଡା, ଅଅଁଳାଗୁଡାର ଖଜଣା ଆଦାୟ ।