ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ସୁରମା ପାଢ଼ୀ (ଜନ୍ମ: ୨୯ ଡିସେମ୍ବର ୧୯୬୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟି ରାଜନୈତିକ ଦଳ ସହ ସଂପୃକ୍ତ ଅଛନ୍ତି । ସୁରମା ଓଡ଼ିଶା ବିଧାନ ସଭାକୁ ଜଣେ ବିଧାୟିକା ଭାବରେ ନିର୍ବାଚିତ ହୋଇଥିଲେ । ୨୦୦୪ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଦଣ୍ଡନାଚ ଓଡ଼ିଶାର ଏକ ପ୍ରାଚୀନ ଓ ପାରମ୍ପରିକ ନାଚ । ଏହା ଗଞ୍ଜାମ ଜିଲ୍ଲାର ଏକ ଲୋକ ପର୍ବ। ଏହା ଗ୍ରାମାଞ୍ଚଳରେ ଏହା କାମନା ଦଣ୍ଡ ଭାବେ ପରିଚିତ। ଏହି ନୃତ୍ୟ ଧର୍ମିୟ ଧାରଣା ଏବଂ ଈଶ୍ୱର ବିଶ୍ୱାସ ଉପରେ ପ୍ରତିଷ୍ଠିତ । ନାଟକର ସୃଷ୍ଟି କେବେ ଓ କିଭଳି ହେଲା ତାହା ରହସ୍ୟମୟ । ତେବେ ଆଧୁନିକ ନାଟକ ସୃଷ୍ଟିର ବହୁ ପୂର୍ବରୁ ଲୋକନାଟକ ଗୁଡିକ ସୃଷ୍ଟି ହୋଇଥିବା ବିଷୟକୁ ଅସ୍ୱୀକାର କରାଯାଇ ନପାରେ । କାରଣ ବେଦ, ଭରତମୁନିଙ୍କ ନାଟ୍ୟଶାସ୍ତ୍ର,ବୌଦ୍ଧ ନିକାୟ,ପାଣିନି,କୃଶାଶ୍ୱ ଓ ବିଭିନ୍ନ ପୌରାଣିକ ଗ୍ରନ୍ଥରୁ ଲୋକନାଚକ ସମ୍ପର୍କରେ ସଂକେତ ମିଳିଥାଏ । ଲୋକନାଟକ ଗୁଡିକର ବର୍ହିଲକ୍ଷ ଓ ଅନ୍ତର୍ଲକ୍ଷ ହେଉଛି ଶିକ୍ଷା ପ୍ରଦାନ । ଜନଜୀବନର କାହାଣୀକୁ ବା ଲୋକବୃତ୍ତକୁ ବିଶ୍ୱସ୍ତ ଭାବେ ଉପସ୍ଥାପିତ କରିବା ଲୋକନାଟକର ଅନ୍ୟ ଏକ ଲକ୍ଷ । ନାଟକ ହେଉଛି ଦୃଶ୍ୟକାବ୍ୟ ଓ କାବ୍ୟମାନଙ୍କ ମଧ୍ୟରେ ଶ୍ରେଷ୍ଠ । ନାଟକର ସ୍ରଷ୍ଟା ନାଟ୍ୟ ଶିଳ୍ପିର ମାୟାଜାଲ ବିସ୍ତାର କରି ଦର୍ଶକର ଚିତ୍ତ ବିନୋଦନ ସହିତ ସତ୍ୟ ,ଶିବ ଓ ମଙ୍ଗଳର ଜୟଗାନପାଇଁ ଆହ୍ୱାନ ଦେଇଥାନ୍ତି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି ।
ଭାରତୀୟ ସାଧାରଣ ନିର୍ବାଚନ, ୧୭ତମ ଲୋକ ସଭା ସଦସ୍ୟମାନଙ୍କୁ ନିର୍ବାଚିତ କରିବାକୁ ୨୦୧୯ ମସିହା ଅପ୍ରେଲ ମାସ ୧୧ ତାରିଖରୁ ଆରମ୍ଭ କରି ମଇ ମାସ ୧୯ ତାରିଖ ପର୍ଯ୍ୟନ୍ତ ସାତଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ । ମଇ ମାସ ୨୩ ତାରିଖରେ ଭୋଟ ଗଣନା ହୋଇ ଫଳାଫଳ ପ୍ରକାଶ ପାଇବ ।ବିଧାନ ସଭା ନିର୍ବାଚନ ମଧ୍ୟ ନିମ୍ନୋକ୍ତ ରାଜ୍ୟଗୁଡ଼ିକରେ ଏହି ସମୟରେ ଏକା ସାଙ୍ଗରେ ହେବ: ଆନ୍ଧ୍ର ପ୍ରଦେଶ, ଅରୁଣାଞ୍ଚଳ ପ୍ରଦେଶ, ଓଡ଼ିଶା, ଜମ୍ମୁ ଓ କାଶ୍ମୀର ଏବଂ ସିକ୍କିମ । ଓଡ଼ିଶାରେ ଚାରୋଟି ପର୍ଯ୍ୟାୟରେ ୧୧, ୧୮, ୨୩ ଏବଂ ୨୯ ଅପ୍ରେଲ ମାସରେ ନିର୍ବାଚନ ହେବ ।
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ୱତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହାଦ୍ୱାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ୱ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଏକ୍ସେନାଟାଇଡ (ଇଂରାଜୀ ଭାଷାରେ Exenatide, ଏକ ବିକ୍ରୟ ନାମ ବାୟେଟା/ Byetta ଓ ବାଇଡୁରିଅନ/ Bydureon) ଏକ ଔଷଧ ଯାହା ମଧୁମେହ ଟାଇପ ୨ ରୋଗର ଚିକିତ୍ସାରେ ଦିଆଯାଏ । ଏହା ଉପଯୁକ୍ତ ଖାଦ୍ୟ, ବ୍ୟାୟାମ ଓ ସମ୍ଭାବ୍ୟ ଅନ୍ୟାନ୍ୟ ମଧୁମେହ ନିବାରକ (antidiabetic medication) ଔଷଧ ସହିତ ଦିଆଯାଏ । ମେଟ୍ଫର୍ମିନ ଓ ସଲଫୋନିଲୁରିଆ (sulfonylureas) ଔଷଧ ଅପେକ୍ଷା କମ୍ ପସନ୍ଦ କରାଯାଏ । ପ୍ରଥମ ଓ ଶେଷ ମିଲ ଖାଇବାର ଅଧ ଘଣ୍ଟା ପୂର୍ବରୁ ଏହା ଚର୍ମତଳ ଇଞ୍ଜେକସନ (injection under the skin) ଆକାରରେ ଦିଆଯାଏ । ସପ୍ତାହରେ-ଥରେ ଦିଆଯିବା ଇଞ୍ଜେକସନ ମଧ୍ୟ ମିଳେ ।ଏକ୍ସେନାଟାଇଡର ସାଧାରଣ ପାର୍ଶ ପ୍ରତିକ୍ରିୟାରେ ଅଳ୍ପ ରକ୍ତ ଶର୍କରା (low blood sugar), ଅଇ, ମୁଣ୍ଡ ଓଜନିଆ, ଉଦର ଯନ୍ତ୍ରଣା ଓ ଇଞ୍ଜେକସନ ନେଇଥିବା ସ୍ଥାନରେ ଯନ୍ତ୍ରଣା ହୋଇପାରେ । ପାର୍ଶ ପ୍ରତିକ୍ରିୟା ସାଂଘାତିକ ହେଲେ ମେଡୁଲାରି ଥାଇରଏଡ କର୍କଟ (medullary thyroid cancer), ଆଞ୍ଜିଓଇଡିମା, ଅଗ୍ନାଶୟ ପ୍ରଦାହ ଓ ବୃକ୍କ ସମସ୍ୟା (kidney problems) ହୋଇପାରେ । ଗର୍ଭାବସ୍ଥା ଓ ସ୍ତନ୍ୟପାନ (breastfeeding) ସମୟରେ ଏହାର ନିରାପତ୍ତା ସ୍ପଷ୍ଟ ହୋଇନାହିଁ । ଏକ୍ସେନାଟାଇଡ ଏକ ଗ୍ଲୁକାଗନ-ଲାଇକ ପେପ୍ଟାଇଡ-୧ ରିସେପ୍ଟର (glucagon-like peptide-1 receptor agonist/ GLP-1 receptor agonist) ଯାହାର ଅନ୍ୟ ନାମ ଇନକ୍ରେଟିନ incretin ମାଇମେଟିକ (mimetics) । ଏହା ଅଗ୍ନାଶୟରୁ (pancreas) ଅଧିକ ଇନସୁଲିନ ନିର୍ଗତ ଓ ଅଧିକ ଗ୍ଲୁକାଗନ (glucagon) କମେଇଦିଏ ।ଏକ୍ସେନାଟାଇଡନ ୨୦୦୫ରେ ଡାକ୍ତରୀ ବ୍ୟବହାର ନିମନ୍ତେ ଯୁକ୍ତରାଷ୍ଟ୍ର ଆମେରିକାରେ ସ୍ୱୀକୃତ ହୋଇଥିଲା । ସନ ୨୦୧୯ରେ ସଂଯୁକ୍ତ ରାଷ୍ଟ୍ରରେ (United Kingdom) ଏନଏଚଏସକୁ (NHS) ଏହାର ଏକ ଦିନର ଇଞ୍ଜେକସନ ଖର୍ଚ୍ଚ ପିଛା ପ୍ରାୟ ୮୨ ପାଉଣ୍ଡ ଖର୍ଚ୍ଚ କରିବାକୁ ପଡ଼ୁଥିଲା । ଯୁକ୍ତରାଷ୍ଟ୍ର ଆମେରିକାରେ ଏହି ଔଷଧ ବାବଦ ଏକ ହୋଲସେଲ ମୂଲ୍ୟ ବାବଦ ୭୦୦ ରୁ ୭୮୯ ଆମେରିକୀୟ ଡଲାର ଖର୍ଚ୍ଚ ହୁଏ । ସନ ୨୦୧୬ରେ ଏହାର ୧ ନିୟୁତ ପ୍ରେସକ୍ରିପସନ ହୋଇ ସର୍ବାଧିକ ପ୍ରେସକ୍ରିସନ ତାଲିକାର ୨୯୩ ତମ ସ୍ଥାନରେ ଥଲା ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଦିବ୍ୟଙ୍କା ତ୍ରିପାଠୀ (ଜନ୍ମ: ୧୪ ଡିସେମ୍ବର ୧୯୮୪) ଜଣେ ଭାରତୀୟ ଅଭିନେତ୍ରୀ । ସେ ମୁଖ୍ୟତଃ ହିନ୍ଦୀ ଦୂରଦର୍ଶନ ଜଗତର ଧାରାବାହିକମାନଙ୍କରେ ଅଭିନୟ କରନ୍ତି । ଜୀ ଟିଭିରେ ପ୍ରସାରିତ ଧାରାବାହିକ ବନୁଁ ମେଁ ତେରି ଦୁଲ୍ହନ୍ରେ ଦ୍ୱେତ ଭୂମିକାରେ ଅଭିନୟ କରିଥିଲେ ସେ ଲୋକପ୍ରିୟତା ପାଇଥିଲା । ଅଧୁନା ସେ ଷ୍ଟାର୍ ପ୍ଲସ୍ରେ ପ୍ରସାରିତ ହେଉଥିବା ଧାରାବାହିକ ୟେ ହୈଁ ମୋହବତେଁର ମୁଖ୍ୟ ନାୟିକା ଡ.
ବଲାଙ୍ଗୀର (ଲୋକ ସଭା ନିର୍ବାଚନ ମଣ୍ଡଳୀ)
ବଲାଙ୍ଗୀର ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ରିକେଟ (ଇଂରାଜୀ ଭାଷାରେ Rickets) ରୋଗ ହେଲେ ପିଲାମାନଙ୍କର ହାଡ଼ (bones) ଦୁର୍ବଳ ଓ ନରମ ହୋଇଯାଏ । ଏଥିରେ ବାୱ ବା ବଙ୍କା ଗୋଡ଼ (Bowed legs), ସ୍ୱଳ୍ପ ଶାରୀରିକ ବିକାଶ (stunted growth), ଅସ୍ଥି ଯନ୍ତ୍ରଣା, ବଡ଼ କପାଳ, ନିଦ୍ରା ସମସ୍ୟା ଇତ୍ୟାଦି ଲକ୍ଷଣମାନ ଦେଖାଯାଏ । ରୋଗ ସାଂଘାତିକ ହେଲେ ଅସ୍ଥି ଭଗ୍ନen:Bone fractures, ମାଂସପେଶୀ ସ୍ପାଜ୍ମ (muscle spasms), ବକ୍ର ମେରୁଦଣ୍ଡ (abnormally curved spine, ବୁଦ୍ଧି ଅକ୍ଷମତା (intellectual disability) ଆଦି ଲକ୍ଷଣ ଦେଖାଯାଏ । ସାଧରଣତଃ ଜୀବସାର ଘ (vitamin D) ଅଭାବ ହେଲେ ଏହି ରୋଗ ହୁଏ । ଯଥେଷ୍ଟ ଜୀବସାର ଘ ନଥିବା ଖାଦ୍ୟ ଖାଇଲେ, କଳା ଚର୍ମ ଥିଲେ, ସ୍ୱଳ୍ପ ସୂର୍ଯ୍ୟାଲୋକ ସଂସ୍ପର୍ଶରେ ଥିଲେ, ପରିପୁରକ ଖାଦ୍ୟ ନ ଦେଇ କେବଳ ସ୍ତନ୍ୟପାନ (breastfeeding) କରେଇଲେ, ସିଲିଆକ ଡିଜିଜ (celiac disease), କେତେକ ଜେନେଟିକ ରୋଗ (genetic condition) ଥିଲେ ଏହି ରୋଗ ହେବା ସମ୍ଭାବନା ଥାଏ । ଏହା ସହିତ ଯଥେଷ୍ଟ କ୍ୟାଲସିଅମ (calcium) ଓ ଫସଫରସ (phosphorus) ଅଭାବ ମଧ୍ୟ ଏ ରୋଗର କାରକ ହୁଏ ।
ଚୈତ୍ର ଶୁକ୍ଳ ନବମୀ ରାମ ନବମୀ ରୂପେ ପରିଚିତ । ଏହି ଦିନ ରାମଚନ୍ଦ୍ରଙ୍କ ଜନ୍ମୋତ୍ସବ ପାଳନ କରାଯାଏ । ତ୍ରେତୟା ଯୁଗରେ ଅଯୋଧ୍ୟାର ରାଜା ଥିଲେ ଦଶରଥ । ତାଙ୍କର ତିନିରାଣୀ କୌଶଲ୍ୟା, କୈକେୟୀ ଓ ସୁମିତ୍ରା । ରାଜାଙ୍କର ବଡଦୁଃଖ ଥିଲା ଯେ ତାଙ୍କର କୌଣସି ସନ୍ତାନ ନ ଥିଲେ ମହାନ ଇକ୍ଷାକୁ କୁଳରେ ଉତ୍ତରାଧିକାରୀ ହେବାକୁ । କୁଳଗୁରୁ ବଶିଷ୍ଠ ପ୍ରାର୍ଥିତ ସନ୍ତାନ ପ୍ରାପ୍ତି ନିମନ୍ତେ ଋଷିଶୃଙ୍ଗଙ୍କଦ୍ୱାରା ପୁତ୍ରେଷ୍ଟି ଯଜ୍ଞ କରିବାକୁ ଦଶରଥଙ୍କୁ ଉପଦେଶ ଦେଲେ । ରାଜା କୁଳଗୁରୁ ଉପଦେଶ ଅନୁସାରେ ମହାନ୍ ଋଷି ଋଷିଶୃଙ୍ଗଙ୍କୁ ଅଯୋଧ୍ୟାରେ ଯଜ୍ଞ କରିବାକୁ ତାଙ୍କ ଆଶ୍ରମକୁ ଯାଇ ପ୍ରାର୍ଥନା କଲେ । ବଶିଷ୍ଠ ଓ ଋଷିଶୃଙ୍ଗଦ୍ୱାରା ପୁତ୍ରେଷ୍ଟି ଯଜ୍ଞ ସମାପନ ପରେ ଯଜ୍ଞେଶ୍ୱର ଯଜ୍ଞକୁଣ୍ଡରୁ ଆବିର୍ଭୁତ ହୋଇ ଦଶରଥଙ୍କୁ ଏକ ଚରୁଅନ୍ନପୂର୍ଣ୍ଣ ପାତ୍ର ପ୍ରଦାନ କରି ରାଣୀମାନଙ୍କୁ ସେବନ କରିବାକୁ କହିଲେ । ଦଶରଥ ଅଧା ଚରୁଅନ୍ନ କୌଶଲ୍ୟାଙ୍କୁ ଓ ଅନ୍ୟଅଧା ଭାଗକୁ କୈକେଇଙ୍କୁ ପ୍ରଦାନ କଲେ । କୌଶଲ୍ୟା ଓ କୈକେୟୀ ନିଜନିଜର ଚରୁଅନ୍ନର ଅଧାଭାଗରୁ କନିଷ୍ଠା ରାଣୀ ସୁମିତ୍ରାଙ୍କୁ ସେବନ କରିବାକୁ ଦେଲେ । ଏହାର କିଛିଦିନ ପରେ ତିନିରାଣୀ ଅନ୍ତଃସତ୍ତ୍ୱା ହେଲେ । ପବିତ୍ର ଚୈତ୍ର ନବମୀଦିନ ଦ୍ୱିପ୍ରହରରେ କୌଶଲ୍ୟା ପ୍ରଭୁ ରାମଚନ୍ଦ୍ରଙ୍କୁ, କୈକେୟୀ ଭରତଙ୍କୁ ଓ ସୁମିତ୍ରା ଯମଜ ସନ୍ତାନ ଲକ୍ଷ୍ମଣ ଓ ଶତ୍ରୁଘ୍ନଙ୍କୁ ଜନ୍ମ ଦେଲେ । ବିଷ୍ଣୁଙ୍କ ସପ୍ତମ ଅବତାର ପ୍ରଭୁ ରାମଚନ୍ଦ୍ର ସ୍ୱଇଚ୍ଛାରେ ଅଧର୍ମର ବିଲୋପ ଓ ରାବଣ ଆଦି ରାକ୍ଷାସମାନଙ୍କୁ ସଂହାର କରିବାକୁ ପୃଥିବୀପୃଷ୍ଟରେ ଅବତରଣ କରିଥିଲେ । ବୟଃପ୍ରାପ୍ତ ହେବାପରେ ପ୍ରଭୁ ରାମଚନ୍ଦ୍ର ମିଥିଳା ନରେଶ ରାଜର୍ଷି ଜନକଙ୍କ ଦୁହିତା ଦେବୀ ସୀତାଙ୍କ ସହିତ ବିବାହ ହୋଇଥିଲା । ବାଲ୍ମିକୀ ରାମାୟଣ ମତେ ମାର୍ଗଶିର ଶୁକ୍ଳପଞ୍ଚମୀ ଦିନ ସେହି ବିବାହ ଅନୁଷ୍ଠିତ ହୋଇଥିଲା । ରାଜସୁଖକୁ ପରିହାର ପୂର୍ବକ ପିତୃସତ୍ୟ ପାଳନ କରି ଚଉଦ ବର୍ଷ ରାମଚନ୍ଦ୍ର ଦେବୀସୀତା ଓ ଅନୁଜ ଲକ୍ଷ୍ମଣଙ୍କୁ ସାଙ୍ଗରେ ଧରି ବନବାସ ଯାଇଥିଲେ । ଅରଣ୍ୟରୁ ଅରଣ୍ୟ ଘୂରିବୁଲୁଥିଲେ ଦୁଃଖ ଯନ୍ତ୍ରଣାକୁ ପାଥେୟ କରି । ଦଣ୍ଡକାରଣ୍ୟରେ ଅବସ୍ଥାନ କାଳରେ ଶ୍ରୀରାମ ଓ ଅନୁଜ ଲକ୍ଷ୍ମଣଙ୍କ ଅନୁପସ୍ଥିତିରେ ଦୁରାଚାରୀ ରାବଣ ମାତା ସୀତାଙ୍କୁ ଏକାକିନୀ ଦେଖି ଅପହରଣ କରିନେଲା । ରାବଣ ଓ ସମସ୍ତ ରାକ୍ଷାସ ମାନଙ୍କୁ ନିଧନ କରି ସୀତାଙ୍କୁ ଉଦ୍ଧାର ବେଳକୁ ଚଉଦ ବର୍ଷର ବନବାସ ପୂରିଯାଇଥିଲା । ଅଯୋଧ୍ୟା ପ୍ରତ୍ୟାବର୍ତ୍ତନ କରି ରାଜସିଂହାସନରେ ଅଭିସିକ୍ତ ହୋଇ ରାଜଧର୍ମ ପାଳନ ଅବସରରେ ପ୍ରଜାକୁଳକୁ ସମ୍ମାନ ଜଣାଇବାକୁ ଯାଇ ଲଙ୍କାରୁ ଉଦ୍ଧାର ସମୟରେ ସୀତା ଅଗ୍ନିପରୀକ୍ଷା ଦେଇଥିଲେ ମଧ୍ୟ ତାଙ୍କୁ ନିର୍ବାସନ ଦଣ୍ଡ ଦେଇଥିଲେ । ଶ୍ରୀରାମଙ୍କ ତାଙ୍କ ଅବତାରରେ ସଂପୂର୍ଣ୍ଣ ମାନବଜୀବନ ଯାପନ କରିଥିଲେ । ରାମନବମୀ ଉପଲକ୍ଷେ ନଅଦିନ ବ୍ୟାପୀ ଭଜନ କୀର୍ତ୍ତନ, ଅଖଣ୍ଡ ପାଠ ଆଦି ଚାଲେ ବିଶେଷ ଭାବରେ ରାମଚରିତ ମାନସ ପାଠ କରାଯାଏ ।
ଅର୍ଜୁନ ଚରଣ ସେଠୀ (ଜନ୍ମ: ୧୮ ସେପ୍ଟେମ୍ବର ୧୯୪୧; ଜନ୍ମସ୍ଥାନ: ବାଲେଶ୍ୱର) ଜଣେ ଭାରତୀୟ ରାଜନେତା । ଭାରତୀୟ ରାଜନୀତିରେ ସେବର୍ତ୍ତମାନ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ପୂର୍ବରୁ ସେ ଭାରତୀୟ ଜାତୀୟ କଂଗ୍ରେସ, ଜନତା ଦଳ ଓ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ୧୯୭୧ ମସିହାରେ ସେ ଭଦ୍ରକ ଲୋକ ସଭା ନିର୍ବାଚନ ମଣ୍ଡଳୀରୁ କଂଗ୍ରେସ ଦଳର ପ୍ରତିନିଧି ଭାବରେ ୫ମ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ । ଏହାପରେ ସେ ୧୯୮୦ ମସିହାରେ ୨ୟ ଥର ପାଇଁ କଂଗ୍ରେସ (ଆଇ) ଦଳରୁ ଭଦ୍ରକ ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇଥିଲେ । ଏହାପରେ ୧୯୯୧ ମସିହାରେ ପୁଣିଥରେ ଭଦ୍ରକରୁ ଜନତା ଦଳର ପ୍ରତିନିଧି ଭାବରେ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ । ପରବର୍ତ୍ତୀ ସମୟରେ ସେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ଭଦ୍ରକ ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ୧୯୯୮, ୧୯୯୯, ୨୦୦୪, ୨୦୦୯ ଏବଂ ୨୦୧୪ରେ ନିର୍ବାଚିତ ହୋଇଥିଲେ । ଅଟଳ ବିହାରୀ ବାଜପେୟୀଙ୍କ ସରକାର ସମୟରେ ସେ ୨୦୦୦ରୁ ୨୦୦୪ ଯାଏଁ ଜଳ ବିଭାଗର ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଉଗାଡ଼ି (Ugādi, Samvatsarādi, Yugadi) ଭାରତରେ ଆନ୍ଧ୍ରପ୍ରଦେଶ, କର୍ଣ୍ଣାଟକ ଏବଂ ତେଲେଙ୍ଗାନା ରାଜ୍ୟର ହିନ୍ଦୁ ମାନଙ୍କ ପାଇଁ ନୂଆବର୍ଷ ଅଟେ । ଚୈତ୍ର ମାସ, ହିନ୍ଦୁ ଲିନିସୋଲର କ୍ୟାଲେଣ୍ଡରର ପ୍ରଥମ ଦିନରେ ଏହି କ୍ଷେତ୍ର ମାନଙ୍କରେ ଉତ୍ସବ ପୂର୍ବକ ପାଳନ କରାଯାଏ ।ଏହା ସାଧାରଣତଃ ଗ୍ରେଗୋରୀୟନ କ୍ୟାଲେଣ୍ଡରର ମାର୍ଚ୍ଚ କିମ୍ବା ଏପ୍ରିଲ ମାସରେ ପଡିଥାଏ ।ଏହିଦିନରେ "କଲାମ" (କନ୍ନଡ଼: ରଙ୍ଗୋଲି) ନାମକ ଚଟାଣରେ ରଙ୍ଗୀନ ଚିତ୍ର (ଝୋଟି) ଆଙ୍କି ପାଳନ କରାଯାଏ । "ତୋରନାଲୁ" (କନ୍ନଡ଼: ତୋରଣଗଲୁ) ନାମକ କବାଟରେ ଆମ୍ବ ପତ୍ରରେ ସଜାଯାଏ । ନୂଆ ବସ୍ତ୍ର ଯେପରି ଉପହାର କିଣିବା ଏବଂ ଦେବା, ଗରିବ ମାନଙ୍କୁ ଦାନ ଦେବା, ତେଲ ଉପଚାର, "ପଚାଡି" ନାମକ ବିଶେଷ ଭୋଜନର ପ୍ରସ୍ତୁତି ଓ ଭୋଜନ ଦାନ ଏବଂ ହିନ୍ଦୁ ମନ୍ଦିରର ଭ୍ରମଣ କରିବା । "ପଚାଡି" ଏକ ଉଲ୍ଲେଖନୀୟ ଉତ୍ସବ ପୂର୍ଣ୍ଣ ଭୋଜନ ଅଟେ ଯାହା ସବୁପ୍ରକାର ସ୍ୱାଦକୁ ଯୋଡ଼ିଥାଏ - ମିଠା, ଖଟା, ଲୁଣି ଏବଂ କସା । ତେଲୁଗୁ ଓ କନ୍ନଡ଼ ହିନ୍ଦୁ ପରମ୍ପରାରେ , ଏହା ପ୍ରତୀକାତ୍ମକ ଅନୁସ୍ମାରକ ଅଟେ ।
ପ୍ରଯୁକ୍ତି ବିଦ୍ୟା ବା ଟେକ୍ନୋଲୋଜି ଶବ୍ଦଟି ପ୍ରାଚୀନ ଗ୍ରୀକ ଶବ୍ଦାଦ୍ୱୟ τέχνη, techne, "କଳା, କୌଶଳ, ହାତର ଚମତ୍କାରିତା"; ଏବଂ -λογία, -logia "ଅଧ୍ୟୟନ"ରୁ ଅସିଛି । ଏହା ବ୍ୟବହାରିକ ବିଜ୍ଞାନକୁ ସୁଚାଇଥାଏ । କୌଣସି ସମସ୍ୟାର ସମାଧାନ, ପୂର୍ବରୁ ପ୍ରଚଳିତ ସମାଧାନର ଉନ୍ନତି କିମ୍ବା ଜୀବନ ଧାରଣ ମାନରେ ଉନ୍ନତି ପାଇଁ କୌଣସି ଏକ ଯନ୍ତ୍ର, ଉପକରଣ, କଳା କିମ୍ବା କୌଶଳର ଗଠନ, ପରିବର୍ତ୍ତନ, ବ୍ୟବହାର ଓ ଜ୍ଞନ ଆହରଣକୁ ଆମେ ପ୍ରଯୁକ୍ତି ବିଦ୍ୟା କହିଥାଉ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ଭାରତର ସ୍ୱାଧୀନତା ଦିବସ ଏକ ଭାରତୀୟ ଜାତୀୟ ଦିବସ ଅଟେ । ୧୯୪୭ ମସିହାରେ ଭାରତ ଫିରିଙ୍ଗି ଶାସନରୁ ମୁକ୍ତ ହୋଇ ସ୍ୱତନ୍ତ୍ର ଗଣରାଜ୍ୟରେ ପରିଣତ ହୋଇଥିଲା । ତେଣୁ ଏହି ଦିନକୁ ମନେପକାଇବା ପାଇଁ ପ୍ରତିବର୍ଷ ପନ୍ଦର ଅଗଷ୍ଟକୁ ଭାରତର ସ୍ୱାଧୀନତା ଦିବସ ଭାବରେ ପାଳନ କରାଯାଇଥାଏ । ଏହା ଭାରତର ଏକ ପ୍ରଧାନ ଜାତୀୟ ଦିବସ । ଦେଶ ସାରା, ଏହି ଦିନ ପତାକା ଉତ୍ତୋଳନ କରଯାଇଥାଏ ଓ ଉତ୍ସବମାନ ଅୟୋଜନ କରାଯାଇଥାଏ । ରାଜଧାନୀ ଦିଲ୍ଲୀରେ ଏହି ଦିନ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କ ନିମନ୍ତେ ଜାତୀୟ ପତାକା ଉତ୍ତୋଳନ କରି ଅଭିଭାଷଣ ଦେଇଥାନ୍ତି ଯାହା ଦେଶସାରା ଟି.ଭି.ରେ ଦେଖାଯାଇଥାଏ । ଏହି ଅଭିଭାଷଣରେ ସେ ଦେଶର ପ୍ରଗତି, ଅସୁବିଧା ଓ ତାହାର ସମାଧାନ ଓ ଆଗକୁ ହେବାକୁ ଥିବା ଉନ୍ନତି ଆଦି ବିଷୟରେ ବଖାଣିଥାନ୍ତି । ଭାରତୀୟ ସ୍ୱାଧୀନତା ସଂଗ୍ରାମ ଓ ସଂଗ୍ରାମୀମାନଙ୍କ ଉପରେ ମଧ୍ୟ ସେ ଅଭିଭାଷଣ ରଖିଥାନ୍ତି ।
ସମାଜ ବିଜ୍ଞାନ ସାମାଜିକ ବ୍ୟବହାର ଓ ଅନୁଷ୍ଠାନର ଏକାଡେମିକ୍ ପାଠ ଅଟେ । ଗୋଟିଏ ସମାଜଶାସ୍ତ୍ର ଭାବରେ ଏହା ଅନୁଭବଜନ୍ୟ ଓ ସମୀକ୍ଷାତ୍ମକ ପଦ୍ଧତି ବ୍ୟବହାର କରି ସାମାଜିକ ବ୍ୟବସ୍ଥା,ସାମାଜିକ ଅବ୍ୟବସ୍ଥା ତଥା ସାମାଜିକ ପରିବର୍ତ୍ତନ ବିଷୟରେ ଜ୍ଞାନ ଅର୍ଜନ କରିବାରେ ସାହାଯ୍ୟ କରେ । ପାରମ୍ପରିକ ଭାବରେ ସମାଜବିଜ୍ଞାନର ଫୋକସ୍ ସାମାଜିକ ସ୍ତରୀକରଣ, ସାମାଜିକ ବର୍ଗ, ସାମାଜିକ ଗତିଶିଳତା, ଧର୍ମ, ଆଇନ୍, ଯୌନତା ଓ ବିପତତା ଆଦି ବିଷୟରେ ରହିଆସିଅଛି ।
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଆଲୋକ ଏକ ପ୍ରକାରର ଶକ୍ତି ଅଟେ । ଏହା ଆମ ଆଖି ବାରି ପାରୁଥିବା ବିଦ୍ୟୁତ୍-ଚୁମ୍ବକୀୟ ତରଙ୍ଗ ଅଟେ । ପଦାର୍ଥ ବିଜ୍ଞାନରେ ଅନେକ ସମୟରେ ଏହା ଉଭୟ ଦୃଶ୍ୟ ଓ ଅଦୃଶ୍ୟ ବିଦ୍ୟୁତ୍-ଚୁମ୍ବକୀୟ ତରଙ୍ଗକୁ ବୁଝାଇଥାଏ । ଆଲୋକ କ୍ଷୁଦ୍ର ଗୁଚ୍ଛ ଆକାରରେ ବିଦ୍ୟମାନ ଥାଏ । ଏହା ଉଭୟ ତରଙ୍ଗ ଓ ପଦାର୍ଥର ଗୁଣ ପ୍ରଦର୍ଶନ କରିଥାଏ । ଆଲୋକବିଜ୍ଞାନ ଅଧୁନା ପଦାର୍ଥ ବିଜ୍ଞାନର ଏକ ଗୁରୁତ୍ୱପୂର୍ଣ ଗବେଷଣା ଅଟେ ।
ଭାଷା ହେଉଛି ଯୋଗାଯୋଗର ଜଟିଳ ପ୍ରଣାଳୀକୁ ଶିଖିବା ଓ ବ୍ୟବହାର କରିବା ପାଇଁ ଥିବା ମନୁଷ୍ୟର ସାମର୍ଥ୍ୟ ଏବଂ ଗୋଟିଏ ଭାଷା ହେଉଛି ଏହି ଜଟିଳ ଯୋଗାଯୋଗ ପ୍ରଣାଳୀର ଏକ ଉଦାହରଣ । ପୃଥିବୀରେ ସର୍ବମୋଟ କେତେ ଭାଷା ଅଛି ଏକଥା ସଠିକ ଭାବେ କହିବା ସମ୍ଭବ ନୁହେଁ ଏବଂ ଏହି ସଂଖ୍ୟା ଭାଷା (language) ଓ ଲୋକଭାଷା (dialects) ମଧ୍ୟରେ ସୂକ୍ଷ୍ମ ପ୍ରଭେଦ ଉପରେ ନିର୍ଭର କରେ । ତଥାପି ଆକଳନ କରାଯାଇଛି ଯେ ଏହି ସଂଖ୍ୟା ୬୦୦୦ରୁ ୭୦୦୦ ହେବ ।
ସ୍କନ୍ଦ ପୁରାଣ, ପୁରାଣ ମାନଙ୍କରେ ସବୁଠାରୁ ବଡ଼ ପୁରାଣ ଅଟେ । ଏହି ପୁରାଣରେ ୮୮୧୦୦ ଶ୍ଲୋକ ଅଛି । ଏହି ପୁରାଣକୁ ସ୍କନ୍ଦ, ଶିବ ଓ ପାର୍ବତୀଙ୍କ ପୁତ୍ର କାର୍ତ୍ତିକେୟ କହିଥିବାରୁ ଏହାର ନାମ ତାଙ୍କ ଅନୁସାରେ ସ୍କନ୍ଦ ଦିଆଯାଇଥିଲା । ଏହା ସାତଟି ଖଣ୍ଡରେ ବିଭକ୍ତ ଅଟେ - ମହେଶ୍ୱର, ବୈଷ୍ଣବ, ବ୍ରହ୍ମା, କାଶୀ, ଅବନ୍ତି, ନଗର ଓ ପ୍ରଭାସ । କାର୍ତ୍ତିକ ଦେବତାଙ୍କ ସେନାକୁ ନିୟନ୍ତ୍ରଣ କରୁଥିଲେ ଓ ତାଡ଼କାସୁରକୁ ମାରିଥିଲେ । ସଂସ୍କୃତ ପୁରାଣମାନଙ୍କ ମଧ୍ୟରୁ କେବଳ ସ୍କନ୍ଦ ପୁରାଣର ଉତ୍କଳ ଖଣ୍ଡ (ବା ପୁରୁଷୋତ୍ତମ କ୍ଷେତ୍ର ମାହାତ୍ମ୍ୟ)ରେ ପୁରୁଷୋତ୍ତମ କ୍ଷେତ୍ର ମାହାତ୍ମ୍ୟର ବିଷୟବସ୍ତୁ ଓ ମହାପ୍ରଭୁ ଜଗନ୍ନାଥ ଚରିତର ତୁଳନାତ୍ମକ ଭାବରେ ବିସ୍ତୃତ ବର୍ଣ୍ଣନା ରହିଛି । ମହର୍ଷି ବ୍ୟାସଦେବ ସ୍କନ୍ଦ ପୁରାଣର ପ୍ରଣେତା ହେଲେ ହେଁ ଉତ୍କଳ ଖଣ୍ଡର ରଚନା ପରବର୍ତ୍ତୀ କାଳରେ ହୋଇଥିବା ଜଣାଯାଏ । ବିଦ୍ୱାନ ଲେଖକ ତଥା ଗବେଷକମାନଙ୍କ ମତକୁ ବିଚାରକୁ ନେଇ ଏହି ଖଣ୍ଡର ରଚନାକାଳ ୮୦୦ରୁ ୧୩୦୦ ଖ୍ରୀଷ୍ଟାବ୍ଦ ମଧ୍ୟରେ ସ୍ଥିର କରାଯାଇପାରେ ।
କେନ୍ଦୁଝର (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'କେନ୍ଦୁଝର' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଅନୁସୂଚିତ ଜନଜାତିର ପ୍ରାର୍ଥୀଙ୍କ ନିମନ୍ତେ ସଂରକ୍ଷିତ ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ: