ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଅତି ଗୁରୁତର ଘୂର୍ଣ୍ଣିବାତ୍ୟା ଫଣୀ ( /ˈfɒniː/; ବଙ୍ଗଳା: ফণী) ଏକ ବର୍ତ୍ତମାନର ଶକ୍ତିଶାଳୀ କ୍ରାନ୍ତୀୟ ଘୁର୍ଣ୍ଣିବାତ୍ୟା । ଏହା ପୂର୍ବ ଭାରତରେ ଲ୍ୟାଣ୍ଡଫଲ କରିବାକୁ ଯାଉଛି ଏବଂ ଏହା ପାଇଁ ବଙ୍ଗଳାଦେଶ ପ୍ରତି ଭୀଷଣ ବିପଦଜନକ ଘୂର୍ଣ୍ଣିବାତ୍ୟାର ସମ୍ଭାବନା ରହିଛି । ୨୦୧୯ ଉତ୍ତର ଭାରତୀୟ ମହାସାଗର ବାତ୍ୟା ଋତୁର ଫଣୀ ପଞ୍ଚମ ଗୁରୁତର ଝଡ଼ବାତ୍ୟା ଏବଂ ଚତୁର୍ଥ ନାମିତ ବାତ୍ୟା । ଏହା ଭାରତ ମହାସାଗରରେ ସୁମାତ୍ରାର ପଶ୍ଚିମରେ ଅପ୍ରେଲ ୨୬ ତାରିଖରେ ଏକ କ୍ରାନ୍ତୀୟ ବିଷଣ୍ଣତାରୁ ଜନ୍ମିଥିଲା । ମିଳିତ ଟାଇଫୁନ ଚେତାବନୀ କେନ୍ଦ୍ର (JTWC) ଭାରତ ମହାସାଗରରେ ଏକ କ୍ରାନ୍ତୀୟ ବିଶୃଙ୍ଖଳା ଉପରେ ଆଖି ରଖିଥିଲା ଓ ୦୧B ନାମରେ ଚିହ୍ନଟ କରିଥିଲା । ଫଣୀ ଧୀରେ ଧୀରେ ପଶ୍ଚିମ ଆଡ଼କୁ ଗତିକରି ଶକ୍ତିଶାଳୀ ହେବା ପାଇଁ ଏକ ଅଞ୍ଚଳ ଖୋଜୁଥିଲା । ଏହି ପ୍ରକ୍ରିୟା ତ୍ୱରାନ୍ୱିତ ହେଲା ଆଉ ନାମିତ ହେବାର ଦୁଇ ଦିନ ପରେ ଏହା ଋତୁର ଦ୍ୱିତୀୟ ନାମିତ ବାତ୍ୟା ଫଣୀ ଘୂର୍ଣ୍ଣିବାତ୍ୟାରେ ପରିଣତ ହେଲା । ଫଣୀ ଉତ୍ତରକୁ ଗତି କଲା । ମଧ୍ୟମ ଉଲମ୍ବ ପବନ ଏହାକୁ ବିଭକ୍ତ କରି ବାଧା ଦେବାରୁ ଏହା ତ୍ୱରାନ୍ୱିତ ହେବା ପାଇଁ ଅନେକ ଚେଷ୍ଟା କଲା । ବିଭକ୍ତ ପବନରୁ ଦୂରେଇ ଗଲା ପରେ ଫଣୀ ଖୁବ ଶୀଘ୍ର ତୀବ୍ରତର ହେଲା ଓ ୨୦୧୯ ମସିହା ଅପ୍ରେଲ ମାସ ୩୦ ତାରିଖରେ ଋତୁର ପ୍ରଥମ ଘୂର୍ଣ୍ଣିବାତ୍ୟା ଭାବେ ଏକ ଅତି ଗୁରୁତର ଘୂର୍ଣ୍ଣିବାତ୍ୟାରେ ପରିଣତ ହେଲା । ଏହା "ବିଶାଖାପାଟଣା ଓ ଗୋପାଳପୁର ନିକଟରେ ବଙ୍ଗୋପସାଗର ଦେଇ ପୁରୀ ଠାରେ ପ୍ରାତଃ ୯.୦୦ ଟା ସମୟ ରେ ସ୍ଥଳଭାଗ ଛୁଇଁଲା । ଗୋପାଳପୁର ଓ ବ୍ରହ୍ମପୁର ଠାରେ ଘଣ୍ଟା ପ୍ରତି ପବନ ର ବେଗ ୧୨୦ କିମି ପ୍ରତି ଘଣ୍ଟା ଥିବା ବେଳେ ପୁରି ଠାରେ ପବନ ର ବେଗ ୧୮୦ - ୨୦୦ କିମି ପ୍ରତି ଘଣ୍ଟା ରହିଥିଲା ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ବଳରାମ ସାହୁ (ଜନ୍ମ: ୩ ମାର୍ଚ୍ଚ ୧୯୨୮) ଜଣେ ଓଡ଼ିଆ ରାଜନୀତିଜ୍ଞ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ ଓଡ଼ିଶା ରଜନୀତିରେ ଉତ୍କଳ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୭୧ ମସିହାରେ ଭଦ୍ରକ ବିଧାନ ସଭା ନିର୍ବାଚନ ମଣ୍ଡଳୀରେ ହୋଇଥିବା ଉପ-ନିର୍ବାଚନରେ ସେ ଉତ୍କଳ କଂଗ୍ରେସର ପ୍ରାର୍ଥୀ ଭାବରେ ୫ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
କୁଇନାପ୍ରିଲ (ଇଂରାଜୀ ଭାଷାରେ Quinapril, ଏକ ବିକ୍ରୟ ନାମ ଆକୁପ୍ରିଲ/ Accupril) ଏକ ଔଷଧ ଯାହା ଉଚ୍ଚ ରକ୍ତଚାପ, ହୃଦ୍ପାତ ଓ ମଧୁମେହ ବୃକ୍କ ରୋଗ (diabetic kidney disease) ଇତ୍ୟାଦି ରୋଗମାନଙ୍କର ଚିକିତ୍ସାରେ ଦିଆଯାଏ । ଉଚ୍ଚ ରକ୍ତଚାପ ରୋଗରେ ଏହା ଏକ ଉଚିତ ପ୍ରାରମ୍ଭିକ ଚିକିତ୍ସା । ଏହା ପାଟିରେ ଦିଆଯାଏ । କୁଇନାପ୍ରିଲର ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟାରେ ମୁଣ୍ଡ ବିନ୍ଧା, ମୁଣ୍ଡ ଓଜନିଆ, ଥକ୍କାଣ ଅନୁଭବ ଓ କାଶ ହୋଇପାରେ । ପାର୍ଶ୍ୱ ପ୍ରତିକ୍ରିୟା ସାଂଘାତିକ ହେଲେ ବୃକ୍କ ସମସ୍ୟା, ଯକୃତ ସମସ୍ୟ, ଅଳ୍ପ ରକ୍ତଚାପ (low blood pressure), ଅଧିକ ରକ୍ତ ପୋଟାସିଅମ (high blood potassium) ଓ ଆଞ୍ଜିଓଇଡିମା ହୋଇପାରେ । ଗର୍ଭାବସ୍ଥା ଓ ସ୍ତନ୍ୟପାନ ସମୟରେ ଏହା ଦିଆଯାଏ ନାହିଁ । ଏହା ଏକ ଏସିଇ ଇନହିବିଟର (ACE inhibitor) ଓ ରେନିନ-ଆଞ୍ଜିଓଟେନସିନ ସିସ୍ଟମର (renin-angiotensin-aldosterone system) କାର୍ଯ୍ୟକୁ କମେଇଦେଇ କାର୍ଯ୍ୟକ୍ଷମ ହୁଏ ।କୁଇନାପ୍ରିଲ ସନ ୧୯୮୦ରେ ପେଟେଣ୍ଟ ହେବା ପରେ ସନ ୧୯୮୯ରେ ଡାକ୍ତରୀ ବ୍ୟବହାର ନିମନ୍ତେ ସ୍ୱୀକୃତ ହୋଇଥିଲା । ଏହା ଜେନେରିକ ଔଷଧ ନାମରେ (generic medication) ବିକ୍ରୟ ହୁଏ । ସନ ୨୦୧୯ରେ ସଂଯୁକ୍ତ ରାଷ୍ଟ୍ରରେ (United Kingdom) ଏନଏଚଏସକୁ (NHS) ଏହାର ଏକ ମାସର ଡୋଜ ପିଛା ପ୍ରାୟ ୪ ପାଉଣ୍ଡ ଖର୍ଚ୍ଚ କରିବାକୁ ପଡ଼ୁଥିଲା । ଯୁକ୍ତରାଷ୍ଟ୍ର ଆମେରିକାରେ ଏହି ଔଷଧ ବାବଦ ଏକ ମାସରେ ପ୍ରାୟ ୩.୫୦ ଆମେରିକୀୟ ଡଲାର ଖର୍ଚ୍ଚ ହୁଏ । ସନ ୨୦୧୬ରେ ଏହାର ୨ନିୟୁତରୁ ଅଧିକ ପ୍ରେସକ୍ରିପସନ ହୋଇ ସର୍ବାଧିକ ପ୍ରେସକ୍ରିସନ ତାଲିକାର ୨୦୮ତମ ସ୍ଥାନରେ ଥଲା ।
ସୁରମା ପାଢ଼ୀ (ଜନ୍ମ: ୨୯ ଡିସେମ୍ବର ୧୯୬୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟି ରାଜନୈତିକ ଦଳ ସହ ସଂପୃକ୍ତ ଅଛନ୍ତି । ସୁରମା ଓଡ଼ିଶା ବିଧାନ ସଭାକୁ ଜଣେ ବିଧାୟିକା ଭାବରେ ନିର୍ବାଚିତ ହୋଇଥିଲେ । ୨୦୦୪ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ଟେଲମିସାର୍ଟାନ (ଇଂରାଜୀ ଭାଷାରେ Telmisartan, ଏକ ବିକ୍ରୟ ନାମ ମିକାର୍ଡ଼ିସ/ Micardis) ଏକ ଔଷଧ ଯାହା ଉଚ୍ଚ ରକ୍ତଚାପ, ହୃଦ୍ପାତ ଓ ମଧୁମେହ ବୃକ୍କ ରୋଗ (diabetic kidney disease) ଇତ୍ୟାଦି ରୋଗମାନଙ୍କର ଚିକିତ୍ସାରେ ଦିଆଯାଏ । ଉଚ୍ଚ ରକ୍ତଚାପ ରୋଗରେ ଏହା ଏକ ଉଚିତ ପ୍ରାରମ୍ଭିକ ଚିକିତ୍ସା । ଏହା ପାଟିରେ ଦିଆଯାଏ । ଏହାର ଅନ୍ୟାନ୍ୟ ମିଶ୍ରିତ ସଂସ୍କରଣମାନ ଟେଲମିସାର୍ଟାନ/ହାଇଡ୍ରୋକ୍ଲୋରୋଥିଆଜାଇଡ (telmisartan/hydrochlorothiazide) ଓ ଟେଲମିସାର୍ଟାନ/ଆମ୍ଲୋଡିପିନ ନାମରେ ମିଳେ । ଟେଲମିସାର୍ଟାନର ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟାରେ ଉର୍ଦ୍ଧ୍ୱ ଶ୍ୱାସନଳୀ ସଂକ୍ରମଣ , ତରଳ ଝାଡ଼ା ଓ କଟି ଯନ୍ତ୍ରଣା ହୋଇପାରେ । ପ୍ରତିକ୍ରିୟା ସାଂଘାତିକ ହେଲେ ବୃକ୍କ ସମସ୍ୟା, ଅଳ୍ପ ରକ୍ତଚାପ (low blood pressure) ଓ ଆଞ୍ଜିଓଇଡିମା ହୋଇପାରେ । ଗର୍ଭାବସ୍ଥାରେ ଏହା ଶିଶୁର କ୍ଷତିକାରକ ହୁଏ ଓ ସ୍ତନ୍ୟପାନ ସମୟରେ ଏହା ଦିଆଯାଏ ନାହିଁ । ଏହା ଏକ ଆଞ୍ଜିଓଟେନସିନ ୨ ରିସେପ୍ଟର ଆଣ୍ଟାଗୋନିସ୍ଟ (angiotensin II receptor antagonist) ଓ ଆଞ୍ଜିଓଟେନସିନ ୨ର (angiotensin II) ପ୍ରଭାବକୁ ଅବରୋଧ କରି କାର୍ଯ୍ୟକ୍ଷମ ହୁଏ ।ଟେଲମିସାର୍ଟାନ ସନ ୧୯୯୧ରେ ପେଟେଣ୍ଟ ହେବା ପରେ ସନ ୧୯୯୯ରେ ଡାକ୍ତରୀ ବ୍ୟବହାର ନିମନ୍ତେ ସ୍ୱୀକୃତ ହୋଇଥିଲା । ଏହା ଜେନେରିକ ଔଷଧ ନାମରେ (generic medication) ବିକ୍ରୟ ହୁଏ । ସନ ୨୦୧୯ରେ ସଂଯୁକ୍ତ ରାଷ୍ଟ୍ରରେ (United Kingdom) ଏନଏଚଏସକୁ (NHS) ଏହାର ଏକ ମାସର ଡୋଜ ପିଛା ପ୍ରାୟ ୨ ପାଉଣ୍ଡ ଖର୍ଚ୍ଚ କରିବାକୁ ପଡ଼ୁଥିଲା । ଯୁକ୍ତରାଷ୍ଟ୍ର ଆମେରିକାରେ ଏହି ଔଷଧ ବାବଦ ଏକ ମାସରେ ପ୍ରାୟ ୧୦ ଆମେରିକୀୟ ଡଲାର ଖର୍ଚ୍ଚ ହୁଏ । ସନ ୨୦୧୬ରେ ଏହାର ୧.୯ ନିୟୁତରୁ ଅଧିକ ପ୍ରେସକ୍ରିପସନ ହୋଇ ସର୍ବାଧିକ ପ୍ରେସକ୍ରିସନ ତାଲିକାର ୨୪୬ତମ ସ୍ଥାନରେ ଥଲା ।
ପ୍ରମିଳା ମଲ୍ଲିକ (ଜନ୍ମ: ୪ ମାର୍ଚ୍ଚ ୧୯୬୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ୧୯୯୦ ମସିହାରେ ସେ ଓଡ଼ିଶା ବିଧାନ ସଭାର ୧୦ମ ସଭାକୁ ଜନତା ଦଳର ପ୍ରତିନିଧି ଭାବରେ ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ପ୍ରଥମ ଥର ପାଇଁ ନିର୍ବାଚିତ ହୋଇଥିଲେ । ପରବର୍ତ୍ତୀ ସମୟରେ ସେ ପୁଣିଥରେ ୨୦୦୦ ମସିହା ଓଡ଼ିଶା ସାଧାରଣ ନିର୍ବାଚନରେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ସେହି ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ଏହାପରେ ସେ ଲଗାତାର ୨୦୦୪ ମସିହାରେ ୧୩ଶ, ୨୦୦୯ ମସିହାରେ ୧୪ଶ ଏବଂ ୨୦୧୪ ମିସିହାରେ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ପ୍ରମିଳା ପ୍ରଥମଥର ପାଇଁ ୨୦୦୪ ମସିହାରେ ୧୩ଶ ଓଡ଼ିଶା ବିଧାନ ସଭାର ମନ୍ତ୍ରୀମଣ୍ଡଳରେ ମନ୍ତ୍ରୀ ହୋଇଥିଲେ । ସେ ମହିଳା ଓ ଶିଶୁ ବିକାଶ ବିଭାଗର ମନ୍ତ୍ରୀ ଥିଲେ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ହିଲାରୀ ଡିଏନ ରୋଡ଼ହାମ କ୍ଲିଣ୍ଟନ /ˈhɪləri daɪˈæn ˈrɒdəm ˈklɪntən/( ଜନ୍ମ ଅକ୍ଟୋବେର ୨୬,୧୯୪୭)ଜଣେ ଆମେରିକୀୟ ରାଜନେତ୍ରୀ,ଯିଏକି ଯୁକ୍ତ ରାଷ୍ଟ୍ର ଆମେରିକାର ୬୭ତମ ରାଜ୍ୟ ସଚିବ ରୂପେ ୨୦୦୯ରୁ ୨୦୧୩ ଯାଏଁ ,ନିଉୟର୍କରୁ ଯୁକ୍ତରାଷ୍ଟ୍ର ର୍ ଆଧିସଭ୍ୟ ରୂପେ ଓ୧୯୯୩ରୁ ୨୦୦୧ ମଧ୍ୟରେ ଯୁକ୍ତରାଷ୍ଟ୍ର ର୍ ପ୍ରଥମ ମହିଳା ଥିଲେ।ସେ ୨୦୧୬ ନିର୍ବାଚନରେ Democratic party ତରଫରୁ ଯୁକ୍ତରାଷ୍ଟ୍ରର ରାଷ୍ଟ୍ରପତି ପଦବୀ ପାଇଁ ଲଢ଼ିଥିଲେ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ପୁରୁଷ ହକି ବିଶ୍ୱକପର ୧୪ତମ ସଂସ୍କରଣ ଭୁବନେଶ୍ୱରରେ ସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଟିତ ହୋଇଥିଲା । ଏହି ପ୍ରତିଯୋଗିତା ୨୮ ନଭେମ୍ବରରୁ ୧୬ ଡିସେମ୍ବର ୨୦୧୮ ପର୍ଯ୍ୟନ୍ତ ଚାଲିଥିଲା । ଏହାର ଉଦଘାଟନ ଉତ୍ସବ ୨୭ ନଭେମ୍ବରରେ ଜାକ ଯମକର ସହ ସମାପ୍ତ ହୋଇଛି । ଉଦଘାଟନୀ ଉତ୍ସବରେ ଶାହରୁଖ ଖାନ, ମାଧୁରୀ ଦୀକ୍ଷିତ ଏବଂ ଏ.ଆର ରହମାନ ଯୋଗ ଦେଇଥିଲେ । ଏଥି ସହ ଭାରତର ସବୁଠାରୁ ବଡ଼ ଡ୍ରୋଣ ଉଡାଣ ପ୍ରଦର୍ଶିତ ହୋଇଥିଲା ।
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।ଜଳ ପୃଥିବୀପୃଷ୍ଟରେ ପ୍ରାକୃତିକ ଭାବେ ମିଳେ । ଜଳ ହେଉଛି ଏକମାତ୍ର ବସ୍ତୁ ଯାହା ସାଧାରଣ ତାପମାତ୍ରାରେ ୩ଟି ଅବସ୍ଥାରେ ରହେ । ଜଳର ୪୦ରୁ ଉର୍ଦ୍ଧ୍ୱ ବିଶେଷ ଜଳ ଘନିଭୂତ ହେଲେ ଏହାର ଆୟତନ ପାଖାପାଖି ୯% ବୃଦ୍ଧି ପାଏ ।
ଆନ୍ତର୍ଜାତୀୟ ଉଚ୍ଚାରଣଗତ ଲିପି ବା ଇଣ୍ଟରନ୍ୟାସନାଲ ଫୋନେଟିକ ଆଲଫାବେଟ (ଇଂରାଜୀ: International Phonetic Alphabet, IPA, ବା ଆଇପିଏ) ଉଚ୍ଚାରଣ ଚିହ୍ନ ଆଧାରିତ ଓ ଲାଟିନ ଲିପିରେ ଲିଖିତ ଏକ ଲିଖନ ବିଧି । ଏହା କଥିତ ଭାଷାମାନଙ୍କର ଲିଖନ ନିମନ୍ତେ ଆନ୍ତର୍ଜାତୀୟ ଫୋନେଟିକ ଆସୋସିଏସନ ଦ୍ୱାରା ଏକ ମାନକ ରୂପେ ତିଆରି କରାଯାଇଥିଲା । ଆଇପିଏ ଅଭିଧାନ ସଂକଳକ, ବିଦେଶୀ ଭାଷାଭାଷୀ ଛାତ୍ର ଓ ଶିକ୍ଷକ, ଭାଷାବିଦ, ଧ୍ୱନି-ଭାଷା ରୋଗବିଦ୍ୱାବିଦ, ଗାୟକ-ଗାୟିକା, ଅଭିନେତା, ନିର୍ମିତ ଭାଷାକାର, ଓ ଅନୁବବାଦକମାନଙ୍କ ଦେଇ ବ୍ୟବହୃତ ହୋଇଥାଏ ।
କ୍ରିଏଟିଭ କମନ୍ସ(ସିସି) ଏକ ଆମେରିକୀୟ ଅଣଲାଭକାରୀ ସଂସ୍ଥା ଯାହା ରଚନାତ୍ମକ କାମକୁ ଆଇନଗତ ଭାବେ ବାଣ୍ଟିବା ଓ ବ୍ୟବହାର କରିବାରେ ସାହାୟତା କରେ । ଏହି ସଂସ୍ଥା କପିରାଇଟ ଲାଇସେନ୍ସ ରୂପରେ କ୍ରିଏଟିଭ କମନ୍ସ ଲାଇସେନ୍ସ ବା ସିସି ଲାଇସେନ୍ସ ପ୍ରକାଶିତ କରିଛି ଯାହା ନିଶୁଳ୍କ ଭାବେ ବ୍ୟବହାର କରିହେବ। ଏହି ଲାଇସେନ୍ସ ସ୍ରଷ୍ଠାକୁ କିଛି ଅଧିକାର ରଖିବାରେ ସାହାୟତା କରେ । ସହଜରେ ବ୍ୟବହାରକାରୀକୁ ଲାଇସେନ୍ସ ବିଷୟରେ ବୁଝେଇବା ପାଇଁ କିଛି ପ୍ରତୀକ ମଧ୍ୟ ବ୍ୟବହାର କରାଯାଏ । କ୍ରିଏଟିଭ କମନ୍ସ କପିରାଇଟର ଅନ୍ୟ ରୁପ ନୁହଁ କିନ୍ତୁ ତା ଉପରେ ଆଧାରିତ ଅଟେ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ୱାଇ-ଫାଇ (Wi-Fi) ହେଉଛି ଏକ ଟେକ୍ନୋଲୋଜି ବା ପ୍ରଯୁକ୍ତି, ଯାହାଦ୍ୱାରା ଇଲେକ୍ଟ୍ରିନିକ୍ସ୍ ଯନ୍ତ୍ରଗୁଡ଼ିକ ପରସ୍ପର ସହ ସଂଯୋଗ ସ୍ଥାପନ କରି ନିଜ ନିଜ ଭିତରେ ଯୋଗାଯୋଗ କରିଥାନ୍ତି । ଏହାର ପୁରା ନାମ ହେଉଛି ଓୟାର୍ଲେସ୍ ଫିଡେଲିଟି (Wireless Fidelity) । ଓୟାର୍ଲେସ୍ର ଅର୍ଥ ତାରବିହୀନ ଓ ଫିଡେଲିଟିର ଅର୍ଥ ଭରସା ବା ବିଶ୍ୱାସ । ଅର୍ଥାତ୍ ଏହି ବ୍ୟବସ୍ଥାରେ ଯନ୍ତ୍ରଗୁଡ଼ିକ ବିନା ତାରରେ ପରସ୍ପର ସହିତ ଭରସାଯୋଗ୍ୟ ସଂଯୋଗ ସ୍ଥାପନ କରିଥାନ୍ତି । ଇଲେକ୍ଟ୍ରିନିକ୍ସ୍ ଯନ୍ତ୍ରଗୁଡ଼ିକ ମଧ୍ୟରେ ଏହି ପ୍ରକାର ସଂଯୋଗକୁ ସଂଯୋଗବିହୀନ ସଂଯୋଗ ମଧ୍ୟ କୁହାଯାଇପାରେ । ଏହି ବ୍ୟବସ୍ଥାରେ ଏକ ନିର୍ଦ୍ଦିଷ୍ଟ ପରିସୀମା ମଧ୍ୟରେ ରହିଥିବା ମୋବାଇଲ୍, ଲାପ୍ଟପ୍ ଓ କମ୍ପ୍ୟୁଟର ଇତ୍ୟାଦି ଯନ୍ତ୍ରଗୁଡ଼ିକ ମଧ୍ୟରେ ତାରବିହୀନ ଇଣ୍ଟରନେଟଦ୍ୱାରା ଯୋଗାଯୋଗ ହୋଇଥାଏ । ଏହି ପ୍ରଯୁକ୍ତିର ବିଶେଷତ୍ୱ ହେଲା ସେବା ପ୍ରଦାନକାରୀ ଇଣ୍ଟର୍ନେଟ୍ ସଂସ୍ଥା (Internet Service Provider ବା ISP) ପକ୍ଷରୁ ଦିଆଯାଇଥିବା ଗତିଠାରୁ ଏହାର ତୀବ୍ରତା ଅଧିକ ରହିଥାଏ । ତେବେ ଏହି ତାରବିହୀନ ନେଟ୍ୱାର୍କ ତିଆରି କରିବା ପାଇଁ ଏକ ରାଉଟର୍ର ଆବଶ୍ୟକତା ପଡ଼ିଥାଏ । ରେଡ଼ିଓ ତରଙ୍ଗ ସାହାଯ୍ୟରେ ଏହି ପ୍ରଯୁକ୍ତି କାମ କରିଥାଏ । ସାଧାରଣତଃ ୨.୪ ଗିଗାହର୍ଜ ୟୁଏଚ୍ଏଫ୍ ଏବଂ ୬ ଗିଗାହର୍ଜ ଏସ୍ଏଚ୍ଏଫ୍ ବେତାର ତରଙ୍ଗ ମଧ୍ୟରେ ୱାଇ-ଫାଇ ଅନ୍ୟ ଇଲେକ୍ଟ୍ରିନିକ୍ସ୍ ଉପକରଣଗୁଡ଼ିକୁ ସଂଯୋଗ କରିଥାଏ ।ୱାଇ-ଫାଇ ବ୍ୟବସ୍ଥାଦ୍ୱାରା ତିଆରି କରାଯାଇଥିବା ନେଟ୍ୱାର୍କ୍କୁ WLAN (Wireless Local Area Network) କୁହାଯାଏ । ସୁରକ୍ଷା ଦୃଷ୍ଟିରୁ ୱାଇ-ଫାଇ ସାଧାରଣତଃ ଦୁର୍ବଳ । କାରଣ ଏଥିପାଇଁ କୌଣସି ତାର ସଂଯୋଗ କରିବାକୁ ପଡ଼ି ନ ଥାଏ । ସୁରକ୍ଷା ଦୃଷ୍ଟିକୋଣରୁ ରାଉଟର୍କୁ ନିର୍ଦ୍ଦେଶ ଦେବା ପାଇଁ ପାସ୍ୱାର୍ଡ଼୍ ବ୍ୟବସ୍ଥା କରାଯାଇଛି । ଏହି ପାସ୍ୱାର୍ଡ଼୍ଦ୍ୱାରା ୱାଇ-ଫାଇ ନେଟ୍ୱାର୍କ୍ରେ କିଛିଟା ସୁରକ୍ଷା ଯୋଗାଇଦେବା ସମ୍ଭବ ହୋଇଥାଏ ।
କମ୍ପୁଟର ସଫ୍ଟୱେର କିମ୍ବା ସଫ୍ଟୱେର, କମ୍ପ୍ୟୁଟର ପ୍ରୋଗ୍ରାମ, ଲାଇବ୍ରେରି ଏବଂ ସେମାନଙ୍କ ସମ୍ବନ୍ଧିତ ନଥିକରଣକୁ ନେଇ ଗଠିତ । "ସଫ୍ଟୱେର" ଶବ୍ଦଟି କେବେ କେବେ ସଙ୍କୁଚିତ ଅର୍ଥରେ ଆପ୍ଲିକେସନ ସଫ୍ଟୱେରକୁ ମଧ୍ୟ ବୁଝାଇଥାଏ । ସଫ୍ଟୱେର କମ୍ପ୍ୟୁଟର ମେମୋରିରେ ସାଇତା ହୋଇ ରହିଥାଏ ଏବଂ ଏହାକୁ କେହି ଛୁଇଁପାରିବେ ନାହିଁ ।ନିମ୍ନତମ ସୋପାନରେ, ଏକ୍ସକ୍ୟୁଟ କରାହୋଇପାରିବା କୋଡ଼ସମୂହ ଏକ ନିର୍ଦ୍ଦିଷ୍ଟ ପ୍ରସେସର– ସାଧାରଣତଃ ଏକ ସେଣ୍ଟ୍ରାଲ ପ୍ରୋସେସିଙ୍ଗ ୟୁନିଟ (ସିପିୟୁ) ସହ ସମ୍ବନ୍ଧିତ ମେସିନ ଲାଙ୍ଗୁଏଜକୁ ନେଇ ଗଠିତ । ଏକ ମେସିନ ଲାଙ୍ଗୁଏଜ ପ୍ରୋସେସର ସୂଚନାକୁ ସୂଚାଉଥିବା ବାଇନାରି ମୂଲ୍ୟକୁ ନେଇ ଗଠିତ ଦଳମାନଙ୍କୁ ନେଇ ତିଆରି । ଏହି ମୂଲ୍ୟସବୁ କମ୍ପ୍ୟୁଟରର ପୂର୍ବ ଅବସ୍ଥାକୁ ବଦଳାଇଥାଏ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ରଘୁନାଥ ମୁର୍ମୁ (୧୮ ମଇ ୧୯୦୫ – ୧ ଫେବୃଆରୀ ୧୯୮୨) ଜଣେ ଭାଷା ଓ ଲିପି ଗବେଷକ ଥିଲେ । ସେ ପ୍ରଥମ କରି ଅଲ ଚିକି ଲିପି ତିଆରି କରିଥିବାରୁ ଏହି ଲିପିର ଜନକ ନାମରେ ମଧ୍ୟ ଜଣାଶୁଣା । ଏଥି ନିମନ୍ତେ ତାଙ୍କୁ ସାନ୍ତାଳୀ ଭାଷାଭାଷୀ ଲୋକେ ଆଦରରେ "ଗୁରୁ ଗୋମକେ' ବୋଲି ମଧ୍ୟ ଡାକିଥାନ୍ତି । ଅଲ ଚିକି ବହୁବିଧ ନାମ ଯଥା ଅଲ ସେମେଟ ("ପ୍ରଣାଳୀ"), ଅଲ ସିକି, ଅଲ ଓ ବେଳେବେଳେ ସାନ୍ତାଳୀ ଅକ୍ଷର ବୋଲି ଜଣାଶୁଣା । ୧୯୨୫ରେ ଏହି ଲିପି ସାନ୍ତାଳୀ ଭାଷା ଲେଖିବା ନିମନ୍ତେ ଭାରତ ଓ ଅନ୍ୟାନ୍ୟ ଦେଶରେ ବ୍ୟବହାର କରାଗଲା । ସେ ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡର ସାନ୍ତାଳୀ ଜନଜୀବନରେ ଉନ୍ନତି ଆଣିବା ନିମନ୍ତେ ଅନେକ କାମ କରିଥିଲେ । ରଘୁନାଥ ମୁର୍ମୁଙ୍କ ଅବଦାନକୁ ପଶ୍ଚିମବଙ୍ଗ ସରକାର ସ୍ୱୀକାର କରିଛନ୍ତି ଏବଂ ତାଙ୍କ ସ୍ମୃତିରେ ୧୯୮୬ ମସିହାରେ ପଶ୍ଚିମବଙ୍ଗର ବାଙ୍କୁରା ଜିଲ୍ଲାର ଜାମବାଣୀଠାରେ ପଣ୍ଡିତ ରଘୁନାଥ ମୁର୍ମୁ ସ୍ମୃତି ମହାବିଦ୍ୟାଳୟ ଓ ୨୦୦୭ ମସିହାରେ ମୁର୍ସିଦାବାଦଠାରେ କଲ୍ୟାଣୀ ବିଶ୍ୱବିଦ୍ୟାଳୟ ଅଧିନରେ ଏକ ଶିକ୍ଷକ ପ୍ରଶିକ୍ଷଣ ମହାବିଦ୍ୟାଳୟ ପ୍ରତିଷ୍ଠା କରାଯାଇଛି । ଓଡ଼ିଶା ସରକାର ମଧ୍ୟ ରାଜ୍ୟର ପଞ୍ଚମ ମେଡିକାଲ କଲେଜକୁ ତାଙ୍କ ନାମରେ ନାମିତ କରିଛନ୍ତି ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ପ୍ରାଣୀ ବିଜ୍ଞାନ ଅନୁସାରେ, ଅଣ୍ଡା ହେଉଛି ଏକ ଜୈବିକ ଥଳି ଯେଉଁଥିରେ ଭ୍ରୂଣଟି ପ୍ରଥମେ ବଢିବା ଆରମ୍ଭ କରିଥାଏ । ଅଧିକାଂଶ ସରୀସୃପ, ମାଛ, ସନ୍ଧିପଦ, ଉଭୟଚର, କୀଟ ପତଙ୍ଗ ଓ ପକ୍ଷୀମାନଙ୍କ ଅଣ୍ଡା ପ୍ରକୃତରେ ଏକ ଯୁଗ୍ମଜ ଅଟେ, ଯାହାକି ଡିମ୍ବାଣୁର ସମାୟନ (fertilization of Ovum) ଫଳରେ ସୃଷ୍ଟି ହେଇଥାଏ ; ଯାହାକି ପରେ ଶରୀର ଭିତରୁ ବାହାରି ଆସି ବଢିବାକୁ ଲାଗେ, ଯେଉଁ ପର୍ଯ୍ୟନ୍ତ ଯୁଗ୍ମଜଟି ନିଜେ ବଞ୍ଚିବା ପାଇଁ ସକ୍ଷମ ହୋଇନାହିଁ ।ଯେଉଁ ପ୍ରାଣୀ ଅଣ୍ଡାରୁ ଜାତ ହୋଇଥାନ୍ତି ସେମାନଙ୍କୁ ଅଣ୍ଡଜ କୁହାଯାଏ ।
ଆତସବାଜି ହେଉଛି ଏକ ପ୍ରକାର ବାଣ (ଫୋଟକା) ବା ନିଆଁ ବାରୁଦର ମନୋରଂଜକ ଖେଳ ଯାହା ଧାର୍ମିକ (ଦୀପାବଳି, କାର୍ତିକ ପୁନେଇଁ) ଓ ସାମାଜିକ (ବିବାହ, ବ୍ରତ) ଉତ୍ସବ ପାଳନ ସମୟରେ ବ୍ୟବହାର କରାଯାଏ। ବାରୁଦରୁ ତିଆରି ହୋଇଥିବା ବାଣରେ ନିଆଁ ଲଗାଇଲେ ଲାଲ୍, କମଳା, ହଳଦିଆ, ସବୁଜ, ନୀଳ, ନାରଂଗୀ ଓ ରୂପେଲି ଆଦି ନାନା ରଂଗର ଚିତ୍ର, ଶବ୍ଦ ଓ ଗତିର ଅଗ୍ନିକ୍ରୀଡ଼ା ଦିଶେ। ସମଗ୍ର ପୃଥିବୀରେ ବିଭିନ୍ନ ପ୍ରାଂତରେ ଏହାର ବହୁଳ ପ୍ରୟୋଗ ଦେଖାଯାଏ।