ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠି, ଓଡ଼ିଶା
ଓଡ଼ିଶା ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠି (CMRF) ହେଉଛି, ବିପଦ ଏବଂ ସଙ୍କଟ ସ୍ଥିତିରେ ପ୍ରଭାବିତ ବ୍ୟକ୍ତିମାନଙ୍କୁ ସହାୟତା ଦେବା, ଗୁରୁତର ରୋଗରେ ପୀଡିତ ରୋଗୀମାନଙ୍କର ଚିକିତ୍ସା କରିବା, ଜନକଲ୍ୟାଣ ପାଇଁ ସହାୟତା ଇତ୍ୟାଦି କରିବାପାଇଁ ମୁଖ୍ୟମନ୍ତ୍ରୀଙ୍କର ଏକ ଜରୁରୀକାଳୀନ ପାଣ୍ଠି । ପ୍ରାକୃତିକ ଦୁର୍ବିପାକ ଯଥା ବନ୍ୟା, ବାତ୍ୟା, ଭୂମିକମ୍ପ, ମରୁଡ଼ି ଇତ୍ୟାଦି ଏବଂ କର୍କଟ ରୋଗର ଚିକିତ୍ସା , ବୃକକ ପ୍ରତିରୋପଣ, ମସ୍ତିଷ୍କରେ ଟ୍ୟୁମର, ହୃଦୟ ଅସ୍ତ୍ରୋପଚାର ଇତ୍ୟାଦିରେ ମଧ୍ୟ ଏହି ପାଣ୍ଠି ପ୍ରଦାନ କରାଯାଇପାରେ । ୧୯୫୪ ମସିହାରେ ଏହାକୁ ଆରମ୍ଭ କରାଯାଇଥିଲା । ଉଭୟ ରାଜ୍ୟ ସରକାରଙ୍କର ବଜେଟ ଏବଂ ସାଧାରଣ ଜନତାଙ୍କର ସିଧା ସଳଖ ଅବଦାନରୁ ଏଥିରେ ପାଣ୍ଠି ଯୋଗାଡ଼ ହୋଇଥାଏ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଅତି ଗୁରୁତର ଘୂର୍ଣ୍ଣିବାତ୍ୟା ଫଣୀ ( /ˈfɒniː/; ବଙ୍ଗଳା: ফণী) ଏକ ବର୍ତ୍ତମାନର ଶକ୍ତିଶାଳୀ କ୍ରାନ୍ତୀୟ ଘୁର୍ଣ୍ଣିବାତ୍ୟା । ଏହାକୁ ଫୋନୀ, ଫନି ଏବଂ ଫନୀ ନାମରେ ମଧ୍ୟ ଉଲ୍ଲେଖ କରାଯାଇଥାଏ । ଏହା ପୂର୍ବ ଭାରତରେ ପୁରୀଠାରେ ମଇ ମାସ ୩ ତାରିଖ ସକାଳରେ ଲ୍ୟାଣ୍ଡଫଲ କରିଥିଲା । ୨୦୧୯ ଉତ୍ତର ଭାରତୀୟ ମହାସାଗର ବାତ୍ୟା ଋତୁର ଫଣୀ ପଞ୍ଚମ ଗୁରୁତର ଝଡ଼ବାତ୍ୟା ଏବଂ ଚତୁର୍ଥ ନାମିତ ବାତ୍ୟା । ଫଣୀ ପ୍ରଭାବରେ ଓଡ଼ିଶାର ପୁରୀ ଜିଲ୍ଲା ଏବଂ ଭୁବନେଶ୍ୱର ସର୍ବାଧିକ କ୍ଷତିଗ୍ରସ୍ତ ହୋଇଥିଲାବେଳେ ପାଖାପାଖି ୧୧ ଲକ୍ଷ ୫୦ ହଜାର ଲୋକ ପ୍ରଭାବିତ ହୋଇଥିଲେ । ଓଡ଼ିଶାର ପ୍ରାୟ ୧୩ଟି ଜିଲ୍ଲାରେ ଏହି ବାତ୍ୟାଦ୍ୱାରା ପ୍ରଭାବିତ ହୋଇଥିଲା । ବଙ୍ଗଳାଦେଶରେ ଫଣୀ ଯୋଗୁଁ ୧୫ ଜଣଙ୍କର ମୃତ୍ୟୁ ଘଟିଥିଲା ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ସୁରମା ପାଢ଼ୀ (ଜନ୍ମ: ୨୯ ଡିସେମ୍ବର ୧୯୬୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟି ରାଜନୈତିକ ଦଳ ସହ ସଂପୃକ୍ତ ଅଛନ୍ତି । ସୁରମା ଓଡ଼ିଶା ବିଧାନ ସଭାକୁ ଜଣେ ବିଧାୟିକା ଭାବରେ ନିର୍ବାଚିତ ହୋଇଥିଲେ । ୨୦୦୪ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଚୈତନ୍ୟ ପ୍ରସାଦ ସେଠୀ (ଚୈତନ ସେଠୀ ଭାବରେ ଜଣା) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାରେ ସ୍ୱାଧୀନତା ପରେ ଓଡ଼ିଶାରେ ହୋଇଥିବା ପ୍ରଥମ ବିଧାନ ସଭା ନିର୍ବାଚନରେ ସେ ନୀଳଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ କଂଗ୍ରେସର ପ୍ରାର୍ଥୀ ଭାବରେ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ୧୯୫୭ ମସିହାରେ ସୋରୋ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଆଦି ଶଙ୍କର (ସଂସ୍କୃତ : आदिशङ्करः) (୭୮୮- ୮୨୦ ଖ୍ରୀଷ୍ଟାବ୍ଦ) ଏକାଧାରରେ ଜଗତର ଅନ୍ୟତମ ଧର୍ମଗୁରୁ, ଦାର୍ଶନିକ, ସମାଜ ସଂସ୍କାରକ ଓ ବେଦାନ୍ତର ମୂଖ୍ୟ ପ୍ରବକ୍ତା । ସେ ଆଦି ଶଙ୍କର ଓ ଶଙ୍କର ଭଗବତ୍ ପାଦ ନାମରେ ମଧ୍ୟ ପରିଚିତ । ଅଦ୍ୱୈତ ବେଦାନ୍ତର ଶେଷ୍ଠ ପ୍ରବକ୍ତା ରୂପରେ ସେ ବିଶ୍ୱର ଦାର୍ଶନିକ ମଣ୍ଡଳୀରେ ସ୍ୱୀକୃତ ଓ ସମାଦୃତ । ସେ ଦଶନାମୀ ସନ୍ୟାସୀ ସମ୍ପ୍ରଦାୟର ପ୍ରତିଷ୍ଠା କରିଥିଲେ । ହିନ୍ଦୁ ଧର୍ମର ପୁନଃ ସ୍ଥାପନା ଏବଂ ସମାଜ ସଂସ୍କାରରେ ତାଙ୍କର ଦାନ ଅତୂଳନୀୟ ସଂସ୍କୃତ ଭାଷାରେ ତାଙ୍କ ରଚନା ସମୂହଦ୍ୱାରା ସେ ଆତ୍ମା ଓ ନିର୍ଗୁଣ ବ୍ରହ୍ମଙ୍କ ଏକତ୍ତ୍ୱ ପ୍ରତିପାଦନ କରିଥିଲେ । ତାଙ୍କ ମତ ସପକ୍ଷରେ ସେ ବେଦାନ୍ତର ପ୍ରସ୍ଥାନ ତ୍ରୟୀ ପ୍ରଧାନ ଉପନିଷଦ ସମୂହ, ବ୍ରହ୍ମସୂତ୍ର ଓ ଭଗବଦ୍ ଗୀତା ଉପରେ ବିସ୍ତୃତ ଭାଷ୍ୟ ରଚନା କରିଥିଲେ । ତାଙ୍କ ରଚନାରେ ଉପନିଷଦ ମାନଙ୍କର ବାଖ୍ୟା କରାଯାଇଛି । ସେ ହିନ୍ଦୁ ଧର୍ମର ଅନ୍ୟତମ ଦର୍ଶନ ମତ ମୀମାଂଶା ବା ପୂର୍ବ ମୀମାଂଶା, ଯାହା ବୈଦିକ କର୍ମକାଣ୍ଡର ପ୍ରୋତ୍ସାହନ କରିଥାଏ, ତାହାର ସମାଲୋଚନା କରିଥିଲେ । ସେ ମଧ୍ୟ ବୈଦିକ ହିନ୍ଦୁ ଧର୍ମ ଓ ବୌଦ୍ଧ ମତ ମଧ୍ୟରେ ଥିବା ପ୍ରଧାନ ବିଭେଦ ଦର୍ଶାଇ ଥିଲେ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
କରୁଣାକର ପାଣିଗ୍ରାହୀ (୧ ଜାନୁଆରୀ ୧୯୮୯ - ୪ ମଇ ୧୯୭୧) ଜଣେ ଓଡ଼ିଆ ରାଜନୀତିଜ୍ଞ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ ଅସହଯୋଗ ଆନ୍ଦୋଳନ, ଲବଣ ସତ୍ୟାଗ୍ରହ, ଭାରତ ଛାଡ଼ ଆନ୍ଦୋଳନ ଆଦିରେ ସକ୍ରିୟ ଭାବରେ ଅଂଶଗ୍ରହଣ କରି କାରାବରଣ କରିଥିଲେ । ଭାରତ ସ୍ୱାଧୀନ ହେବା ହେବା ଆଗରୁ ସେ ୨ୟ ବିଧାନ ସଭାର ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ ଏବଂ ସ୍ୱାଧୀନ ହେବାପରେ ସେ ଓଡ଼ିଶା ରଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ସ୍ୱାଧୀନ ଭାରତର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାରେ ଓଡ଼ିଶାରେ ହୋଇଥିବା ପ୍ରଥମ ବିଧାନ ସଭା ନିର୍ବାଚନରେ ସେ ଜଳେଶ୍ୱର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ କଂଗ୍ରେସର ପ୍ରାର୍ଥୀ ଭାବରେ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ୧୯୬୧ ମସିହାରେ ସୋରୋ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଟୁଇଟର ( /ˈtwɪtər/) ଏକ ଅନଲାଇନ୍ ସୋସିଆଲ୍ ନେଟୱାର୍କିଙ୍ଗ୍ ସେବା ଯାହା ବ୍ୟବହାରକାରୀଙ୍କୁ ପରଷ୍ପର ସହ ୧୪୦-ଅକ୍ଷର ବିଶିଷ୍ଟ ସନ୍ଦେଶ ପଠାଇବାରେ ସାହାଯ୍ୟ କାରିଥାଏ । ଏହି ସନ୍ଦେଶ ଗୁଡିକୁ "ଟୁଇଟ୍" ବୋଲି କୁହାଯାଏ । ଏଥିରେ ପଞ୍ଜିକୃତ ହୋଇଥିବା ବ୍ୟକ୍ତି ମନେ ଟୁଇଟ୍ କରିପରିବେ ଏବଂ ନୁଆ ଟୁଇଟ୍ ପଢିପରିବେ । ପଞ୍ଜିକୃତ ହୋଇନଥିବା ବ୍ୟକ୍ତି ମନେ କେବଳ ନୁଆ ଟୁଇଟ୍ ପଢିପରିବେ । ଅଜିକାଲି ଲୋକମାନେ ମୋବାଇଲ୍, SMS କିମ୍ବା Web Interface ମଧ୍ୟମରେ ଟୁଇଟ୍ କରିପରୁଛନ୍ତି ଏବଂ ପଢିପରୁଛନ୍ତି । Twitter Inc.
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
ହସ୍ତମୈଥୁନ ଯୌନ ଉତ୍ତେଜନା ନିମନ୍ତେ ଜଣଙ୍କର ନିଜ ଯୌନାଙ୍ଗର ଏକ ପ୍ରକାର ଯୌନ ଉଦ୍ଦୀପନାକୁ ଓ ଯୌନ ଉଦ୍ଦୀପନାର ଶିଖର ଅବସ୍ଥା ଯାଏ କରାଯାଉଥିବା କାର୍ଯ୍ୟକଳାପକୁ ବୁଝାଇଥାଏ । ଏହି ଉଦ୍ଦୀପନା ସାଧାରଣତଃ ହାତ, ଆଙ୍ଗୁଳି, ନିତିଦିନିଆ ବ୍ୟବହାରରେ ଲାଗୁଥିବା ବସ୍ତୁ, ଭାଇବ୍ରେଟର ଆଦି ଯୌନ ଖେଳନା ବା ଏସବୁର ସାମଗ୍ରୀକ ବ୍ୟବହାରଦ୍ୱାରା ମିଳିଥାଏ ।ପ୍ରାୟ ପ୍ରତ୍ୟେକ ପୁରୁଷ ଓ ତିନି ଚତୁର୍ଥାଂଶ ସ୍ତ୍ରୀ ନିଜ ଜୀବନରେ କେବେ ନା କେବେ ହସ୍ତମୈଥୁନ କରିଥାନ୍ତି । ପୁରୁଷଟିଏ ସ୍ତ୍ରୀଠାରୁ କମ୍ ବୟସରେ ଏଭଳି କରିବା ଶିଖିଥାଏ । ସ୍ତ୍ରୀଠାରୁ ପୁରୁଷମାନେ ଏଭଳି ବ୍ୟବହାର ଅଧିକ କରିଥାନ୍ତି ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
କ୍ଲାଉଡ଼ ଟେକ୍ନୋଲୋଜି ଏକ ଇଣ୍ଟରନେଟଦ୍ୱାରା ପ୍ରଚଳିତ ଟେକ୍ନୋଲୋଜି । ଏହାକୁ ଅନ୍ ଡିମାଣ୍ଡ କମ୍ପ୍ୟୁଟିଙ୍ଗ ମଧ୍ୟ କୁହାଯାଏ । ଏଠାରେ ଡାଟା ଓ ରିସୋରସ୍ ଗୁଡିକ ଏକ ଗ୍ରୁପ୍ ମଧ୍ୟରେ ଯୋଡି ହୋଇଥିବା କମ୍ପୁଟର ସହିତ ବଣ୍ଟନ କରାଯାଇଥାଏ । ଏକ ଗ୍ରୁପ୍ରେ ଯୋଡିହୋଇରହିଥିବା କମ୍ପୁଟର ମାନଙ୍କୁ ଏକ ସମୂହକୁ ଏହି ଡାଟା ଏବଂ ରିସୋରସ୍ ସବୁ ଦେଖିପାରିବେ । କ୍ଲାଉଡ୍ କମ୍ପୁଟିଂଗ୍ ଓ ଷ୍ଟୋରେଜ୍ ସଲୟୁସନ୍ କ୍ଲାଉଡ୍ ଟେକ୍ନୋଲଜି ବ୍ୟବହାରକାରିଙ୍କୁ ଓ ସଂସ୍ଥା ମାନଙ୍କୁ ଷ୍ଟୋରେଜ୍ ପାଇଁ ଜାଗା ପ୍ରଦାନ କରେ ଓ ଥାର୍ଡ ପାର୍ଟି ଡାଟା ସେଣ୍ଟର୍ଦ୍ୱାରା ତାଙ୍କର ଷ୍ଟୋର କରିଥିବା ଡାଟାକୁ ପ୍ରକ୍ରିୟା କରିବାର କ୍ଷମତା ଦିଏ । କ୍ଲାଉଡ୍ ଟେକ୍ନୋଲାଜି ନେଟୱର୍କିଂ ପାଇଁ ଏକ ଆଦର୍ଶ । ଏହା ସର୍ବବ୍ୟପୀ, ସୁବିଧାଜନକ, ଓ ଅନ୍-ଡିମାଣ୍ଡରେ (ଆବଶ୍ୟକତା ଅନୁସାରେ) ଏକ ନେଟୱର୍କ୍-କମ୍ପୁଟର ରିସୋର୍ସକୁ ନିଜର କ୍ଲାଉଡ୍ର ରିସୋର୍ସ୍ ବ୍ୟବହାର କରିବାର ଅନୁମତି ଓ ସୁବିଧା ମଧ୍ୟ ପ୍ରଦାନ କରିଥାଏ । ବଦଳ କରିହେଉଥିବା କମ୍ପ ରେସୋର୍ସ୍ ନେଟ୍ୱର୍କ, ସର୍ଭର, ଷ୍ଟୋରେଜ, ଆପ୍ଲିକେସନ୍ ଓ ସର୍ଭିସ୍ର ଏକ ସମୁହ । ଏହାକୁ ଅତି ଶୀଘ୍ର ଭାବରେ ଅଳ୍ପ ଖର୍ଚରେ ମ୍ୟନେଜ୍ କରିହୁଏ । ପ୍ରସ୍ତାବକ ଏହା ଦାବୀ କରନ୍ତି ଯେ କ୍ଲାଉଡ କମ୍ପ୍ୟୁଟିଙ୍ଗ୍ ବଡ ବଡ ଅନୁଷ୍ଠାନ ମାନଙ୍କୁ ନିଜର ପରିକଳ୍ପନା ଉପରେ ନିଜର ଧ୍ୟାନ କନ୍ଦ୍ରିତ କରି ଇନ୍ଫାଷ୍ଟ୍ରକ୍ଚର ଖର୍ଚ କମ କରିବାରେ ସାହଜ୍ୟ କରିଥାଏ । ଏହି ଅନୁଷ୍ଠାନ ଗୁଡିକ ଏହା ମଧ୍ୟ ଦାବି କରନ୍ତି ଯେ ଉଦ୍ୟୋଗ କର୍ମୀ ମାନଙ୍କ ପାଇଁ ତାଙ୍କର ଆପ୍ଲିକେସନକୁ ଦ୍ରୁତ ଗତିରେ ଚଳାଇବା ପାଇଁ ଓ ଅଧିକ ସୁବିଧାରେ ଓ କମ୍ ଭରଣପୋଷଣ କରି ଚଳାଇରଖିବାକୁ କ୍ଲାଉଡ ଟେକ୍ନୋଲଜି ସୁବିଧା ପ୍ରଦାନ କରେ । ଆଇ.ଟିର ଦ୍ରୁତଗତିରେ ବୃଦ୍ଧି ହେଉଥିବା ବେଳେ ବ୍ୟବସାୟ ଡିମାଣ୍ଡ ଓ ବୃଦ୍ଧି-ହ୍ରାସକୁ ସଠିକ୍ ଭାବରେ ବ୍ୟବସ୍ଥିତ କରିବା ପାଇଁ ମଧ୍ୟ କ୍ଲାଉଡ୍ ଟେକ୍ନୋଲଜି ସହଜୋଗ କରିଥାଏ ।
ପ୍ରମିଳା ମଲ୍ଲିକ (ଜନ୍ମ: ୪ ମାର୍ଚ୍ଚ ୧୯୬୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ୧୯୯୦ ମସିହାରେ ସେ ଓଡ଼ିଶା ବିଧାନ ସଭାର ୧୦ମ ସଭାକୁ ଜନତା ଦଳର ପ୍ରତିନିଧି ଭାବରେ ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ପ୍ରଥମ ଥର ପାଇଁ ନିର୍ବାଚିତ ହୋଇଥିଲେ । ପରବର୍ତ୍ତୀ ସମୟରେ ସେ ପୁଣିଥରେ ୨୦୦୦ ମସିହା ଓଡ଼ିଶା ସାଧାରଣ ନିର୍ବାଚନରେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ସେହି ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ଏହାପରେ ସେ ଲଗାତାର ୨୦୦୪ ମସିହାରେ ୧୩ଶ, ୨୦୦୯ ମସିହାରେ ୧୪ଶ ଏବଂ ୨୦୧୪ ମିସିହାରେ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ପ୍ରମିଳା ପ୍ରଥମଥର ପାଇଁ ୨୦୦୪ ମସିହାରେ ୧୩ଶ ଓଡ଼ିଶା ବିଧାନ ସଭାର ମନ୍ତ୍ରୀମଣ୍ଡଳରେ ମନ୍ତ୍ରୀ ହୋଇଥିଲେ । ସେ ମହିଳା ଓ ଶିଶୁ ବିକାଶ ବିଭାଗର ମନ୍ତ୍ରୀ ଥିଲେ ।
ବଳଦେବ ରଥ (୧୭୮୯ - ୧୮୪୫) ଗଞ୍ଜାମ ଜିଲ୍ଲାର ଜଣେ ଓଡ଼ିଆ ରୀତି ଯୁଗର କବି । ସେ କବିସୂର୍ଯ୍ୟ ଭାବେ ପରିଚିତ । ଏକାଧାରରେ ଜଣେ କବି ଓ ସଙ୍ଗୀତକାର ଭାବରେ କବିତା, ଚମ୍ପୂ ଆଦିର ରଚନା କରି ସ୍ୱରସଂଯୋଜନା କରିଥିଲେ । ଗଞ୍ଜାମ ଜିଲ୍ଲାର ଢୁମ୍ପା ସଙ୍ଗୀତକୁ କବିସୂର୍ଯ୍ୟ ଆରମ୍ଭ କରିଥିଲେ ଓ ଗୀତ ରଚନା କରିଥିଲେ । ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।
ପ୍ରାଣବନ୍ଧୁ କର (୧ ଡିସେମ୍ବର ୧୯୧୪ - ୩୦ ମାର୍ଚ୍ଚ ୧୯୯୮) ଜଣେ ଅଧ୍ୟାପକ, ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ତାଙ୍କ ରଚିତ କେତେକ ଜଣାଶୁଣା ରଚନା ମଧ୍ୟରେ ଅଶାନ୍ତ, ଶ୍ୱେତପଦ୍ମା ଆଦି ନାଟକ, ଦୂରପାହାଡ଼ ଓ ପେଟୁ ଏକାଙ୍କିକା, ଷଣ୍ଢ ଲଢେଇ ଓ ସୁଅ ମୁହଁରେ ପଥର ଆଦି ଗଳ୍ପ ଅନ୍ୟତମ । କର କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ମାଟିର ମଣିଷ, ଫକୀରମୋହନଙ୍କ ମାମୁ, ପ୍ରାୟଶ୍ଚିତ, ଛ ମାଣ ଆଠ ଗୁଣ୍ଠ, ହରେକୃଷ୍ଣ ମହତାବଙ୍କ ଟାଉଟର ଓ ଫତୁରାନନ୍ଦଙ୍କ ନାକଟା ଚିତ୍ରକରର ନାଟ୍ୟରୂପ ଦେଇଥିଲେ । ତାଙ୍କର ଅଶାନ୍ତ ନାଟକ ନିମନ୍ତେ ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର, ସ୍ନାୟୁ ସଂହାର ନାଟକ ନିମନ୍ତେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାରରେ ସମ୍ମାନୀତ ।
'ରବୀନ୍ଦ୍ରନାଥ ଠାକୁର ' ( /rəˈbindrəˈnɑ:t ˈtɑ:ɡɔr/; ଛାଞ୍ଚ:IPA-bn), (୧୮୬୧-୧୯୪୧) ଏକାଧାରରେ ଜଣେ କବି, ଚିତ୍ରଶିଳ୍ପୀ, ସଂଗୀତଜ୍ଞ, ଶିକ୍ଷାବିତ, ଗାଳ୍ପିକ ଓ ଦାର୍ଶନିକ ଥିଲେ । ତାଙ୍କୁ ବଙ୍ଗଳା ଭାଷାର ସର୍ବଶ୍ରେଷ୍ଠ ସାହିତ୍ୟକ ବୋଲି ଧରାଯାଏ । ଭାରତୀୟ ଭାଷା ଅନୁସାରେ ତାଙ୍କ ନାମ ରବିଦ୍ରନାଥ ଠାକୁର ଥିଲା । ତାଙ୍କୁ "ବଙ୍ଗଳାର ପକ୍ଷୀ" ବୋଲି ଆଖ୍ୟା ଦିଆଯାଇଥିଲା ।ଭାରତୀୟମାନଙ୍କ ମଧ୍ୟରେ ସେ ସର୍ବ ପ୍ରଥମେ ନୋବେଲ ପୁରସ୍କାର ଲାଭ କରିଥିଲେ । ଟାଗୋର ବହୁତ ଗଳ୍ପ, କବିତା, ଓ ନାଟକ ରଚନା କରିଥିଲେ ଓ ତା' ସହ ବହୁତ ଗୀତ ଓ ସଙ୍ଗୀତ ଲେଖିଥିଲେ । ରବୀନ୍ଦ୍ରନାଥଙ୍କ ୫୨ଟି କାବ୍ୟଗ୍ରନ୍ଥ, ୩୮ଟି ନାଟକ, ୧୩ଟି ଉପନ୍ୟାସ, ୩୬ଟି ପ୍ରବନ୍ଧ, ୯୬ କ୍ଷୁଦ୍ର ଗଳ୍ପ ଓ ୧୯୧୫ ସଙ୍ଗୀତ ପ୍ରକାଶିତ ହୋଇସାରିଛି । ରବୀନ୍ଦ୍ରନାଥଙ୍କ ରଚନା ବିଭିନ୍ନ ଭାଷାରେ ଅନୁବାଦିତ ହୋଇସାରିଛି । ଗୀତାଞ୍ଜଳିର ଲେଖକ ଓ ତାଙ୍କର ଗଭୀର ସମ୍ବେଦନଶୀଳ, ତାଜା, ସୁମଧୁର କବିତା; ୧୯୧୩ ମସିହାରେ ଗୀତାଞ୍ଜଳି କବିତାଗ୍ରନ୍ଥର ଇଂରାଜୀ ଅନୁବାଦ ପାଇଁ ସେ ନୋବେଲ ପୁରସ୍କାର ଲାଭ କରିଥିଲେ । ତାଙ୍କଦ୍ୱାରା ରଚିତ ସଂଗୀତ ୨ଟି ଦେଶ, ନିଜ ନିଜ ଦେଶର ଜାତୀୟ ସଂଗୀତ ଭାବେ ବାଛି ନେଇଛନ୍ତି: ଭାରତ "ଜନ ଗଣ ମନ" ଓ ବାଂଲାଦେଶ "ଆମର୍ ସୋନାର ବଙ୍ଗଲା" । ଶ୍ରୀଲଙ୍କାର ଜାତୀୟ ସଂଗୀତ ମଧ୍ୟ ଟାଗୋରଙ୍କ ଠାରୁ ପ୍ରେରଣା ଲାଭ କରିଥିଲା । ଗୋଟେ ପିରାଲୀ ବ୍ରାହ୍ମଣ କଲିକତାର ପୈତୃକ ସମ୍ଭ୍ରାନ୍ତ ଶ୍ରେଣୀର ଲୋକ ଜେସର ସହର ସହ ସମ୍ପର୍କିତ, ସେ ଯେତେବେଳେ ୮ବର୍ଷ ବୟସର ହେଇଥିଲେ ସେତେବେଳେ ସେ ଲେଖା ଆରମ୍ଭ କରିଥିଲେ । ଷୋହଳ ବର୍ଷ ବୟସରେ, ସେ ଭାନୁସିଂହ ନାମକ ଛଦ୍ମ ନାମ ଉପଯୋଗ କରି ନିଜର କବିତାକୁ ଉନ୍ମୋଚନ କରିଥିଲେ । ସେହି କବିତାଗୁଡିକୁ ସାହିତ୍ୟିକ ମହଲରୁ ଅନେକ ପ୍ରଶଂସା କରାଯାଇଥିଲା । ଅନୁବାଦରେ ତାଙ୍କ କବିତା ଅଧ୍ୟତ୍ମିକ ଓ ସୁଲଳିତ ଥିଲା ,କିନ୍ତୁ ତାଙ୍କର ରୁଚିପୂର୍ଣ ଗଳ୍ପ ଓ ସୁମଧୁର କବିତା ବହୁତ ସମୟ ପର୍ଯ୍ୟନ୍ତ ବଙ୍ଗଳା ବାହାରେ ଜଣା ନ ଥିଲା ।୧୮୭୭ ମସିହାରେ ସେ ନିଜେ ଛୋଟ ଗଳ୍ପ ଓ ନାଟକ ନିଜ ନାମରେ ପ୍ରକାଶନ କରି ଥିଲେ । ସେ ଜଣେ ମାନବବାଦୀ, ଭୌମିକତା, ଅନ୍ତରାଷ୍ଟ୍ରୀୟବେଦୀ ଥିଲେ । ସେ ବ୍ରିଟିଶ ଶାସନର ନିନ୍ଦା ଓ ଭାରତର ସ୍ୱଧୀନ ପାଇଁ ଓକିଲାତି କରୁଥିଲେ । ବଙ୍ଗଳା ପୁନଃଜାଗରଣ ର ପ୍ରତିବାଦକ ରୂପରେ ,ସେ ଚିତ୍ର, ଚିତ୍ରାଙ୍କନ , ୧୦୦ ବହି, କିଛି ୨୦୦୦ ସଂଖ୍ୟକ କବିତା, ଇଚ୍ଛାପତ୍ର ସାମିଲ ଥିଲା, ତାଙ୍କଦ୍ୱାରା ବିଶ୍ୱ ଭାରତୀୟ ବିଶ୍ୱବିଦ୍ୟାଳୟ ସ୍ଥାପିତ ହୋଇଥିଲା ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ .
କ୍ୟୁ.ଆର.କୋଡ଼ (QR code: Quick Response Code) ମାଟ୍ରିକ୍ସ ବାରକୋଡ଼ ନିମନ୍ତେ ଏକ ଟ୍ରେଡ ମାର୍କ ଯାହା ଜାପାନରେ ପ୍ରଥମେ ଅଟୋମୋଟିଭ ଇଣ୍ଡସ୍ଟ୍ରି ନିମନ୍ତେ ଡିଜାଇନ କରାଯାଇଥିଲା । ଏହା ମେସିନ ପଢ଼ିପାରିବା ଭଳି ଏକ ଅପ୍ଟିକାଲ ଲେବେଲ ଯେଉଁଥିରେ କୌଣସି ନିର୍ଦ୍ଦିଷ୍ଟ ବିଷୟର ବିବରଣୀ ଥାଏ ଯାହା ସହ ଏହା ସଂଯୁକ୍ତ ଥାଏ । ଏହି କୋଡ଼ ଚାରି ପ୍ରକାର (ନ୍ୟୁମେରିକ, ଆଲଫାନ୍ୟୁମେରିକ, ବାଇଟ/ବାଇନାରି ଓ କାଞ୍ଜି) ସ୍ଟାଣ୍ଡାର୍ଡ ଏନକୋଡିଙ୍ଗ ମୋଡଦ୍ୱାରା ଡାଟା ଷ୍ଟୋର କରିବାକୁ ବ୍ୟବହାର କରେ ।
ଇଲୋକ୍ଟ୍ରୋନିକ ମେଲ ବା ଡାକ, ସାଧାରଣତଃ ଇମେଲ ବୋଲି ୧୯୯୩ ମସିହାରୁ ଜଣାଯାଏ । ଏହା ଦ୍ୟାରା ଇଣ୍ଟରନେଟ ମାଧ୍ୟମରେ ଗୋଟିଏ ବ୍ୟବହାରକାରୀ ଅନ୍ୟ ଏକ ବ୍ୟାବ ହାରକାରୀକୁ ବାର୍ତ୍ତା ରେକର୍ଡ କରାଯାଇଥିବା ବାର୍ତ୍ତା, ଛବି , ଭିଡିଓ ଆଦି ପଠାଇ ପାରିବ । ପୂର୍ବରୁ ତତ୍-କ୍ଷାଣତ ବାର୍ତ୍ତାବାହ ଭଳି ବାର୍ତ୍ତା ପଠାଳୀ ଓ ବାର୍ତ୍ତା ଗ୍ରହଣକାରୀ ଦୁଇ ଜଣକୁ ଏକା ସମୟରେ ଅନଲାଇନ ରହିବାକୁ ପଡୁଥିଲା । କିନ୍ତୁ ବର୍ତ୍ତମାନ store-and-forward (ସଞ୍ଚୟ କରି ଆଗକୁ ବଢିବା) ପ୍ରକ୍ରିୟାକୁ ଆଧାରିତ କରି ପ୍ରସ୍ତୁତ କରାଯାଇଥିବାରୁ ଏକ ସମୟରେ ଦୁଇ ଜଣଙ୍କୁ ଅନଲାଇନ ରହିବା ଆବଶ୍ୟକ ପଡୁନାହିଁ ।
ଚିଲିକା ଓଡ଼ିଶାର ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମ ଜିଲ୍ଲାରେ ବ୍ୟାପିଥିବା ଏକ ଲବଣାକ୍ତ ହ୍ରଦ । ଏହା ଓଡ଼ିଶାର ସବୁଠୁ ବଡ଼ ହ୍ରଦ । ଅଂଶୁପା ଓ ସର ମଧୁରଜଳ ହ୍ରଦ ହୋଇଥିବା ବେଳେ ଚିଲିକା ହେଉଛି ଲବଣାକ୍ତ ଜଳ ( Brackish Water) ହ୍ରଦ। ଏଠାରେ ଥିବା ନଳବଣ ବିଦେଶୀ ପକ୍ଷୀମାନଙ୍କ ଶୀତକାଳୀନ ବାସସ୍ଥାନ । ଚିଲିକାରେ ଶୀତଦିନ ବିତାଇବା ପାଇଁ ଏମାନେ ହଜାର ହଜାର ମାଇଲ ଉଡ଼ି ସୁଦୂର ଉତ୍ତର ଗୋଲାର୍ଦ୍ଧ ଓ ସାଇବେରିଆ ଅଞ୍ଚଳରୁ ଆସନ୍ତି । ଏଠାରେ ଥିବା ପରିକୁଦ ଓ ମାଲୁଦ ଦ୍ୱୀପରେ ଥିବା ମନ୍ଦିର ପର୍ଯ୍ୟଟକମାନଙ୍କ ପାଇଁ ଅନ୍ୟତମ ଆକର୍ଷଣ । ପ୍ରକୃତିର ବିବିଧତା ଏଠାରେ ଫୁଟିକରି ଦେଖାଯାଏ । ବିଭିନ୍ନ ପ୍ରକାରର ପକ୍ଷୀ, ସାମୁଦ୍ରିକ ପ୍ରାଣୀ, ଉଦ୍ଭିଦମାନଙ୍କର ଏହା ଗନ୍ତାଘର ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଅଫିମ (ଇଂରାଜୀରେ Opium poppy) (ଉଦ୍ଭିଦିକ ନାମ Papaver somniferum) ହେଉଛି ଏକ ଗୁଳ୍ମ ଜାତୀୟ ଉଦ୍ଭିଦ। ଏଥିରୁ ମର୍ଫିନ ସମେତ ବିଭିନ୍ନ ପ୍ରକାର ନିଶାଦ୍ରବ୍ୟ ପ୍ରସ୍ତୁତ କରାଯାଏ। ହେରୋଇନ, ଥେବାଇନ, କୋଡେଇନ, ପାପାଭେରିନ ଓ ନୋସ୍କାପାଇନ ଆଦି ଏହାର ଉପ-ଉତ୍ପାଦ। ଏହାର ନିଦ୍ରାକାରକ ଗୁଣପାଇଁ ଲାଟିନ ଉଦ୍ଭିଦିକ ନାମରେ ଏହାକୁ ନିଦ ଆଣୁଥିବା ଗଛ ଭାବରେ ଅଭିହିତ କରାଯାଇଛି।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଭୁପୃଷ୍ଠ୍ଠରେ ଏକ ଚୁମ୍ବକୀୟ କ୍ଷେତ୍ର ଅନବରତ ପ୍ରଭାବୀ ରହିଅଛି । କାରଣ୍, ଆମ ପୃଥିବୀ ଏକ ବିରାଟ ଚୁମ୍ବକ ଭଳି କାର୍ଯ୍ୟ କରେ । ଏକଥା ବିଶଦ୍ ଭାବେ ବୁଝିବାପାଇଁଁ କଳ୍ପନା କରାଯାଇପାରେ ଯେ, ପୃଥିବୀ ମଧ୍ୟରେ ଏକ ବିରାଟ ଦଣ୍ଡ ଚୁମ୍ବକ ଉତ୍ତର-ଦକ୍ଷିଣ ଭାବରେ ପୃଥିବୀର କାଳ୍ପନିକ ମେରୁ ସହ ପ୍ରାୟ ୧୧ ଡିଗ୍ରୀ କୌଣିକ ଦୂରତ୍ୱରେ ରହିଅଛି । ତେବେ ଏହି କାଳ୍ପନିକ ଚୁମ୍ବକର ଉତ୍ତର ମେରୁ ପୃଥିବୀର ଭୌଗୋଳିକ ଦକ୍ଷିଣ ମେରୁ ନିକଟରେ ଏବଂ ଏହି କାଳ୍ପନିକ ଚୁମ୍ବକର ଦକ୍ଷିଣ ମେରୁ ପୃଥିବୀର ଭୌଗୋଳିକ ଉତ୍ତର ମେରୁ ନିକଟରେ ଅବସ୍ଥିତ । ଫଳରେ, ଏକ ଚୁମ୍ବକୀୟ କ୍ଷେତ୍ର ପୃଥିବୀର ଅଭ୍ୟନ୍ତରରୁ ଭୁପୃଷ୍ଠ ଉପରିସ୍ଥ ସୌର-ପବନ ସ୍ତର ପର୍ଯ୍ୟନ୍ତ ବ୍ୟାପି ଥିବାର ଜଣାଯାଏ । ଏହା ପୃଥିବୀର ଚୁମ୍ବକୀୟ କ୍ଷେତ୍ର ଭାବେ ପରିଚିତ । ଏହା ମଧ୍ୟ ଭୁ-ଚୁମ୍ବକୀୟ କ୍ଷେତ୍ର (Geomagnetic field) ନାମରେ ପରିଚିତ । ଭୁ-ଚୁମ୍ବକୀୟ କ୍ଷେତ୍ରର ଦିଗ ଏବଂ ଅବସ୍ଥିତି କାଳାନୁପାତରେ ଅତି ମନ୍ଥର ଗତିରେ ପରିବର୍ତ୍ତନ ହେବାର ନଜିର ରହିଅଛି ।
ଭଗବାନ ବିଷ୍ଣୁଙ୍କର ଦଶାବତାର କଥା ଶୁଣିଲେ ଓ ଓଡ଼ିଶୀ ନାଚର ଦଶ ଅବତାର ଭଙ୍ଗୀ ଦେଖିଲେ ବୁଝାପଡ଼େ ମଣିଷ କିପରି ଏ ପୃଥିବୀକୁ ଆସିଲା । ବିବର୍ତ୍ତନବାଦୀମାନେ କହନ୍ତି, ପୃଥିବୀଟା ବହୁ ପୁରାକାଳରେ ଖାଲି ବାଷ୍ପମୟ ଥିଲା । କ୍ରମେ କ୍ରମେ ସେ ବାଷ୍ପରାଶି ଶୀତଳ ହୋଇଯାଇ ନାନାପ୍ରକାର ପଦାର୍ଥ ଓ ରାସାୟନିକ ଦ୍ରବ୍ୟରେ ପରିଣତ ହେଲା । ପାଣି ମଧ୍ୟ ତିଆରି ହେଲା । ସେ ପାଣିରେ ପ୍ରଥମେ ଛୋଟ ଛୋଟ ଜୀବ ଉତ୍ପନ୍ନ ହେଲେ । ସେ ଛୋଟ ଛୋଟ ଜୀବ ନାନା ଘାତ ପ୍ରତିଘାତ ମଧ୍ୟରେ ଯାଇ ଆସ୍ତେ ଆସ୍ତେ ଉନ୍ନତ ଧରଣର ହେଲେ । ପରେ ମାଛମାନଙ୍କର ଆବିର୍ଭାବ ହେଲା । ସେ ମାଛମାନେ କ୍ରମେ କ୍ରମେ ଜଳରୁ ସ୍ଥଳଭାଗକୁ ଆସିଲେ । ତା ପରେ ନାନା ପ୍ରକାର ସରୀସୃପ ବା ସାପ ଜାତୀୟ ଓ ବେଙ୍ଗ ଜାତୀୟ ଜୀବ ସୃଷ୍ଟି ହେଲେ । ସେଥିରୁ କ୍ରମେ କ୍ରମେ ନାନା ପ୍ରକାର ଡାଇନୋସର ଓ ଅନ୍ୟାନ୍ୟ ପ୍ରକାରର ଜୀବ ସୃଷ୍ଟି ହୋଇ ଶେଷରେ ମାଙ୍କଡମାନଙ୍କର ଆବିର୍ଭାବ ହେଲା । ଏସବୁ ହେବାକୁ କୋଟି କୋଟି ବର୍ଷ ଲାଗିଥିଲା ବୋଲି ବୈଜ୍ଞାନିକମାନେ କହନ୍ତି । ତା ପରେ ଆସିଲା ମଣିଷ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ଆର୍ଯ୍ୟାବର୍ତ୍ତ ଭାରତ ବର୍ଷର ପ୍ରତ୍ୟେକ ଭାରତୀୟ ଚତୁର୍ଦ୍ଧାମ ରାମେଶ୍ୱର, ପୁରୀ, ବଦ୍ରୀନାଥ ଓ ଦ୍ୱାରକା ଦର୍ଶନର କାମନା କରିଥାନ୍ତି । ଚାରୋଟି ସ୍ଥାନ – ଚାରିଧାମ ପରମ ପବିତ୍ର । ଏଥିମଧ୍ୟରୁ ତିନୋଟି ଧାମ ପୁରୀ, ରାମେଶ୍ୱର ଏବଂ ଦ୍ୱାରକା ସାଗର କୂଳରେ ଓ ବଦ୍ରୀନାଥ ଧାମ ହିମାଳୟ ପର୍ବତରେ ଅବସ୍ଥିତ । କଥିତ ଅଛି ଯେ ମନୁଷ୍ୟ ପରି ଭଗବାନ ମଧ୍ୟ ରାମେଶ୍ୱରରେ ସ୍ନାନ କରି ଆଭୂଷଣ ବିମଣ୍ଡିତ ହୁଅନ୍ତି ଦ୍ୱାରକାରେ, ଶ୍ରୀକ୍ଷେତ୍ରରେ ଷାଠିଏ ପଉଟି ଭୋଜନ କରି ବଦ୍ରିକାର ନିଶ୍ଚଳ ଅଞ୍ଚଳରେ ସୁଖ ନିଦ୍ରା ଯାଇଥାନ୍ତି । କାର୍ତ୍ତିକ ଠାରୁ ବୈଶାଖ ଅକ୍ଷୟ ତୃତୀୟା ପର୍ଯ୍ୟନ୍ତ ଛଅମାସ କାଳ ବଦ୍ରୀନାଥ ମନ୍ଦିର ଦ୍ୱାର ବନ୍ଦ ରହେ ।
ମା ଗୋଜବାୟାଣୀ, ୧୯୯୯ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ସନକ ଦେବତା ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲ ଏବଂ କାହାଣୀ ରଚନା କରିଥିଲେ । ଶୀର୍ଷାନନ୍ଦ ଦାସ କାନୁନ୍ଗୋ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ବସନ୍ତ ସାହୁ ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ମନୋଜ ପଣ୍ଡା ଓ ଅନୁ ଚୌଧୁରୀ । କୁନା ତ୍ରିପାଠୀ, ନମ୍ରତା ଦାସ, ପ୍ରଦ୍ୟୁମ୍ନ ଲେଙ୍କା, ପିଣ୍ଟୁ ନନ୍ଦ, ବିନାୟକ ମିଶ୍ର, ନବ ଆଚାର୍ଯ୍ୟ, ରୀନା ବେହେରା, ସୁବ୍ରତ ଦାସ, ଜୀମୁତା, ଜୟନ୍ତି କର, ମନୋଜ ପଣ୍ଡା, ନିମାନନ୍ଦ ପାତ୍ର, ପ୍ରିୟମ୍ବଦା ରାୟ, ତୃପ୍ତି ସିହ୍ନା, ଶ୍ରୀକୃଷ୍ଣ ସାମଲ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । ଅଭିନେତ୍ରୀ ଅନୁ ଚୌଧୁରୀ ଓ କୁନା ତ୍ରିପାଠୀ ଏହି କଥାଚିତ୍ର ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ ।