ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ୱିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଋତୁ ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ୱିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ୱଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ୱବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
"ଦଶହରା" କହିଲେ ଆଶ୍ୱିନ ମାସରେ ପାଳିତ ହେଉଥିବା ଦୁର୍ଗାପୂଜାକୁ ବୁଝାଏ । ଏହା ଦଶ ଅହୋରାତ୍ର ଧରି ପାଳିତ ହେଉଥିବାରୁ ଏହାକୁ ମଧ୍ୟ ଦଶହରା କୁହାଯାଏ । ଅନ୍ୟଟି ଚୈତ୍ରମାସର ଶୁକ୍ଳ ଦଶମୀ ଯାହାକୁ ବାସନ୍ତୀ ଦୁର୍ଗାପୂଜା କୁହାଯାଏ । ଜ୍ୟୈଷ୍ଠ ଶୁକ୍ଳ ଦଶମୀ ଦିନଟି ଗଙ୍ଗାମାତାଙ୍କୁ କେନ୍ଦ୍ରକରି ଗଙ୍ଗା ଦଶହରା ଭାବେ ପାଳନ କରାଯାଏ । ଦଶଦୋଷ ବା ପାପରୁ ଯିଏ ମୁକ୍ତକରାଏ ସିଏ ଦଶହରା । ଏହି ଦିନ ଗଙ୍ଗାଘାଟରେ ବୁଡ଼ ଦେଲେ ମନୁଷ୍ୟର ସମସ୍ତ ପାପ ଧୋଇ ହୋଇଥାଏ ବୋଲି ବିଶ୍ୱାସ ରହିଛି । ଗଙ୍ଗାସ୍ନାନ କଲେ ଅନେକ ପୁଣ୍ୟ ମିଳିଥାଏ, କିନ୍ତୁ ଏହି ଦିନରେ ସ୍ୱତନ୍ତ୍ର ପୁଣ୍ୟ ଲାଭ ହୋଇଥାଏ । ଲୋକକଥାରୁ ଶୁଣାଯାଏ ଯେ ଆଜିର ଏହିଦିନ ସ୍ୱୟଂ ଗଙ୍ଗାମାତା ଧରାବରଣ କରିଥିଲେ । ତାଙ୍କ ଆଗମନରେ ପୃଥିବୀବାସୀ ଧନ୍ୟ ହୋଇଥିଲେ । ତେଣୁ ତାଙ୍କ ଆଗମନ ଦିନକୁ ଗଙ୍ଗା ଦଶହରା ବୋଲି କୁହାଯାଏ । ଗଙ୍ଗା ଦଶହରାରେ ଗଙ୍ଗାଙ୍କ ମନ୍ଦିର ବ୍ୟତୀତ ଅନ୍ୟ ଦେବଦେବୀଙ୍କ ମନ୍ଦିରରେ ବିଶେଷ ପୂଜାର୍ଚ୍ଚନା ହୋଇଥାଏ । ଗଙ୍ଗା ଦଶହରାରେ ଦାନପୁଣ୍ୟର ବିଶେଷ ମହତ୍ତ୍ୱ ରହିଛି ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଦେବସ୍ନାନ ପୂର୍ଣ୍ଣିମା ବା ସ୍ନାନଯାତ୍ରା, ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀକ୍ଷେତ୍ରରେ ପାଳନ କରାଯାଏ । ଏହି ଦିନ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯାଏ । ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯାଇଥାଏ । ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ । ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ । ଏହା ରଥଯାତ୍ରା ଆଗରୁ ପାଳିତ ହେଉଥିବା ଏକ ପୂଜା ବିଧି ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଜୟନାରାୟଣ ମହାନ୍ତି (ଜନ୍ମ: ୧୧ ଅକ୍ଟୋବର ୧୯୫୧) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ଓଡ଼ିଶା ରାଜନୀତିରେ ସକ୍ରିୟ ଅଛନ୍ତି । ଓଡ଼ିଶା ବିଧାନ ସଭାରେ ସେ ଜଣେ ବିଧାୟକ ଭାବରେ ୨ଥର କାର୍ଯ୍ୟ କରିଥିଲେ । ୧୯୯୫ ଓ ୨୦୦୦ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଜଳେଶ୍ୱର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୧ଶ ଓ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣାଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URIଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URLଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଓଡ଼ିଶାର ସାମୁଦ୍ରିକ ବାଣିଜ୍ୟର ଇତିହାସ
ଓଡ଼ିଶା ପ୍ରଚୀନ ସମୟରେ କଳିଙ୍ଗ ନାମରେ ଜଣାଶୁଣା ଥିଲା । କଳିଙ୍ଗବାସୀଙ୍କର ସାମୁଦ୍ରିକ ବାଣିଜ୍ୟ ଖ୍ରୀଷ୍ଟପୂର୍ବ ୩୫୦ ପୂର୍ବରୁ ଆରମ୍ଭ ହୋଇସାରିଥିଲା ବୋଲି କେତେକ ପ୍ରାଚୀନ ସୂତ୍ରରୁ ଜଣାପଡେ । ଏହି ଅଞ୍ଚଳର ବ୍ୟବସାୟୀ/ସାଧବମାନେ ବଙ୍ଗୋପସାଗର ପାରକରି ଦକ୍ଷିଣ-ପୂର୍ବ ଏସିଆ ଓ ଚୀନ ସହିତ ବ୍ୟବସାୟିକ ସମ୍ବନ୍ଧ ସ୍ଥାପନ କରି ପାରିଥିଲେ । ଦକ୍ଷିଣ-ପୂର୍ବ ଏସିଆର ଅନେକ ସ୍ଥାନରେ କଳିଙ୍ଗର ସଂସ୍କୃତିର ଛାପ ଦେଖିବାକୁ ମିଳେ । ଖ୍ରୀଷ୍ଟାବ୍ଦ ଷଷ୍ଠ ଶତାବ୍ଦୀରେ ରଚିତ ମଞ୍ଜୁଶ୍ରୀମୂଳକଳ୍ପରେ ବଙ୍ଗୋପସାଗରକୁ “କଳିଙ୍ଗ ସାଗର” ବୋଲି କୁହାଯାଇଛି । ଏହା ସେହି ସମୟର ସାମୁଦ୍ରିକ ବାଣିଜ୍ୟରେ କଳିଙ୍ଗର ଏକଛତ୍ର ପ୍ରଭାବର ସୂଚନା ଦିଏ । ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ପାଳିତ ହେଉଥିବା ବାଲି ଯାତ୍ରା, ବୋଇତ ବନ୍ଦାଣ ଏହି ମହାନ ଇତିହାସର ଜୀବନ୍ତ ସାକ୍ଷୀ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ପ୍ରମିଳା ମଲ୍ଲିକ (ଜନ୍ମ: ୪ ମାର୍ଚ୍ଚ ୧୯୬୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ୧୯୯୦ ମସିହାରେ ସେ ଓଡ଼ିଶା ବିଧାନ ସଭାର ୧୦ମ ସଭାକୁ ଜନତା ଦଳର ପ୍ରତିନିଧି ଭାବରେ ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ପ୍ରଥମ ଥର ପାଇଁ ନିର୍ବାଚିତ ହୋଇଥିଲେ । ପରବର୍ତ୍ତୀ ସମୟରେ ସେ ପୁଣିଥରେ ୨୦୦୦ ମସିହା ଓଡ଼ିଶା ସାଧାରଣ ନିର୍ବାଚନରେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ସେହି ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ଏହାପରେ ସେ ଲଗାତାର ୨୦୦୪ ମସିହାରେ ୧୩ଶ, ୨୦୦୯ ମସିହାରେ ୧୪ଶ ଏବଂ ୨୦୧୪ ମିସିହାରେ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ପ୍ରମିଳା ପ୍ରଥମଥର ପାଇଁ ୨୦୦୪ ମସିହାରେ ୧୩ଶ ଓଡ଼ିଶା ବିଧାନ ସଭାର ମନ୍ତ୍ରୀମଣ୍ଡଳରେ ମନ୍ତ୍ରୀ ହୋଇଥିଲେ । ସେ ମହିଳା ଓ ଶିଶୁ ବିକାଶ ବିଭାଗର ମନ୍ତ୍ରୀ ଥିଲେ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ନିର୍ଜଳା ଏକାଦଶୀ ବା ଭୀମସେନ ଏକାଦଶୀ, ଜ୍ୟୈଷ୍ଠ ମାସ ଶୁକ୍ଳପକ୍ଷ ଏକାଦଶୀ ଦିନ ପାଳନ କରାଯାଏ ।ଅନ୍ୟ ଏକାଦଶୀରେ ବ୍ରତୀମାନେ ଫଳାହାର କରିଥାନ୍ତି । କିନ୍ତୁ ଏହି ଏକାଦଶୀରେ କୌଣସି ଖାଦ୍ୟ କିମ୍ବା ଜଳ ମଧ୍ୟ ଗ୍ରହଣ କରାଯାଏ ନାହିଁ । ବିଶ୍ୱାସ କରାଯାଏ ଏହି ଏକାଦଶୀ ପାଳନ କଲେ ବ୍ରତୀକୁ ଆୟୁ, ନିରୋଗ ଏବଂ ମୃତ୍ୟୁପରେ ସ୍ୱର୍ଗପ୍ରାପ୍ତି ହୋଇଥାଏ । ପୌରାଣିକ କଥାବସ୍ତୁରୁ ଜଣାଯାଏ ଏହି ଏକାଦଶୀରେ ଭୀମସେନ ବ୍ରତ ରଖିଥିଲେ । ସେ ଯେକୌଣସି ଖାଦ୍ୟକୁ ସହଜରେ ହଜମ କରିଦେଉଥିଲେ । ତାଙ୍କ ଉଦରରେ ବୃକ ନାମକ ଅଗ୍ନି ଥିବାରୁ ସେ ଏପରି ଖାଦ୍ୟ ପରିପାକ କରିପାରୁଥିଲେ । ନାଗଲୋକ ଯାଇ ସେଠି ମଧ୍ୟ ଦଶକୁଣ୍ଡ ଦୁଗ୍ଧ ପାନ କରିଥିବାରୁ ସେ ଦଶ ହଜାର ହାତୀର ଶକ୍ତି ପ୍ରାପ୍ତ ହୋଇଥିଲେ । ଏହି ରସ ପ୍ରଭାବରୁ ତାଙ୍କର ପ୍ରଚୁର କ୍ଷମତା ବଢ଼ିଯାଇଥିଲା । ତେଣୁ ସେ ଏହି ବ୍ରତ ପାଳନ କରି ପାରୁନଥିଲେ । ଥରେ ଭୀମସେନ ମହର୍ଷି ବେଦବ୍ୟାସଙ୍କୁ କହିଲେ ଦ୍ରୌପଦୀ ଏବଂ ମୋର ସମସ୍ତ ଭ୍ରାତା ଏକାଦଶୀ ବ୍ରତ ରଖୁଛନ୍ତି । କିନ୍ତୁ ମୁଁ ଭୋକ ସମ୍ଭାଳି ନପାରିବାରୁ ବ୍ରତ କରିପାରୁନାହିଁ । ଆପଣ କୌଣସି ଏକ ଉପାୟ ବତାନ୍ତୁ । ବେଦବ୍ୟାସ କହିଲେ ତୁମେ ଜ୍ୟେଷ୍ଠ ଶୁକ୍ଳପକ୍ଷ ଏକାଦଶୀ ବ୍ରତ ପାଳନ କଲେ ବର୍ଷ ସାରା ଅନ୍ୟ ସବୁ ବ୍ରତର ଫଳ ମିଳିପାରିବ । ଏଥିପାଇଁ ତୁମକୁ ଉକ୍ତ ଏକାଦଶୀରେ ଦୁଇବେଳା ଭୋଜନ ଓ ଜଳତ୍ୟାଗ କରିବାକୁ ପଡ଼ିବ । ଏହିକଥା ଶୁଣି ଭୀମ ନିର୍ଜଳା ଏକାଦଶୀ ବ୍ରତ କରିବା ପାଇଁ ଯତ୍ନଶୀଳ ହେଲେ । ଭୀମସେନ ଏହି ନିର୍ଜଳା ଏକାଦଶୀ ବ୍ରତ ପାଳନ କରିଥିବାରୁ ଏହାକୁ ଭୀମସେନୀ ଏକାଦଶୀ ବୋଲି କୁହାଯାଏ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।
ଗୋଟିଏ ସ୍ୱାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ୱାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ୱ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ଓଡ଼ିଶାର ବିଧାନ ସଭା ନିର୍ବାଚନ ୨୦୧୯ ମସିହା ୧୧ ଅପ୍ରେଲରୁ ୨୯ ଅପ୍ରେଲ ମଧ୍ୟରେ ଓଡ଼ିଶାର ଲୋକ ସଭା ଆସନଗୁଡ଼ିକର ନିର୍ବାଚନ ସହ ମିଶିକରି ହେବ । ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଥିବା ବିଜୁ ଜନତା ଦଳର ନେତା ନବୀନ ପଟ୍ଟନାୟକ, ଭାରତୀୟ ଜନତା ପାର୍ଟିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ଧର୍ମେନ୍ଦ୍ର ପ୍ରଧାନ ଏବଂ କଂଗ୍ରେସ ଦଳ ମୁଖ୍ୟ ପ୍ରତିଯୋଗୀ ଭାବେ ନିର୍ବାଚନ ଲଢ଼ିବେ । ୧୫ଶ ବିଧାନସଭାର କାର୍ଯ୍ୟକାଳ ୨୪ ମଇ ୨୦୧୯ ତାରିଖରେ ସମାପ୍ତ ଘଟିଥିଲା ।
ରାମକୃଷ୍ଣ ପରମହଂସ(ବଙ୍ଗଳା: রামকৃষ্ণ পরমহংস) (୧୮ ଫେବୃଆରୀ,୧୮୩୬-୧୬ ଅଗଷ୍ଟ,୧୮୮୬) ପୂର୍ବନାମ ଗଦାଧର ଚଟ୍ଟୋପାଧ୍ୟାୟ । ଉନବିଂଶ ଶତାବ୍ଦୀର ବିଖ୍ୟାତ ଯୋଗୀ,ଦାର୍ଶନିକ ଓ ହିନ୍ଦୁ ଧର୍ମଗୁରୁ । ତାଙ୍କ ପ୍ରଚାରିତ ଧର୍ମୀୟ ଚିନ୍ତାଧାରାରେ ରାମକୃଷ୍ଣ ମିଶନର ପ୍ରତିଷ୍ଠା କରିଥିଲେ ତାଙ୍କର ପ୍ରଧାନ ଶିଷ୍ୟ ସ୍ୱାମୀ ବିବେକାନନ୍ଦ । ଉନବିଂଶ ଶତାବ୍ଦୀର ହିନ୍ଦୁ ନବଜାଗରଣରେ ଉଭୟଙ୍କର ଦାନ ଅତୁଳନୀୟ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ୱତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହାଦ୍ୱାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ୱ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି ।
ବେଦ ହିନ୍ଦୁ ଧର୍ମର ମୁଖ୍ୟ ଧର୍ମଗ୍ରନ୍ଥ ଏବଂ ସଂହିତା,ବ୍ରାହ୍ମଣଭାଗ,ଆରଣ୍ୟକ,ଉପନିଷଦ,ବେଦାଙ୍ଗ,ଉପବେଦର ସମୂହକୁ ବୁଝାଇଥାଏ । ଋଷିମାନେ ଏହକୁ ଶୁଣିକରି ମନେରଖୁଥିବାରୁ ଏହାର ଅନ୍ୟନାମ ଶ୍ରୁତି,ଏହି ବେଦ ପରମ୍ପରାକୁ ମାନୁଥିବା ସନାତନହିନ୍ଦୁ ଧର୍ମୀଙ୍କୁ ଶ୍ରୌତୀ ବା ଶ୍ରୋତ୍ରୀୟ କୁହଯାଏ । ପ୍ରତ୍ୟେକ ବେଦର ନିଜସ୍ୱ ସଂହିତା,ବ୍ରାହ୍ମଣ,ଉପନିଷଦ,ଆରଣ୍ୟକ,ବେଦାଙ୍ଗ ଓ ଉପବେଦ ରହିଛି ।
ଭାରତୀୟ ସାଧାରଣ ନିର୍ବାଚନ ୧୭ତମ ଲୋକ ସଭା ସଦସ୍ୟମାନଙ୍କୁ ନିର୍ବାଚିତ କରିବାକୁ ୨୦୧୯ ମସିହା ଅପ୍ରେଲ ମାସ ୧୧ ତାରିଖରୁ ଆରମ୍ଭ କରି ମଇ ମାସ ୧୯ ତାରିଖ ପର୍ଯ୍ୟନ୍ତ ସାତଟି ପର୍ଯ୍ୟାୟରେ ଅନୁଷ୍ଠିତ ହୋଇଥିଲା । ମଇ ମାସ ୨୩ ତାରିଖରେ ଭୋଟ ଗଣନା ହୋଇ ଫଳାଫଳ ପ୍ରକାଶ ପାଇଥିଲା ।ବିଧାନ ସଭା ନିର୍ବାଚନ ମଧ୍ୟ ନିମ୍ନୋକ୍ତ ରାଜ୍ୟଗୁଡ଼ିକରେ ଏହି ସମୟରେ ଏକା ସାଙ୍ଗରେ ହୋଇଥିଲା: ଆନ୍ଧ୍ର ପ୍ରଦେଶ, ଅରୁଣାଞ୍ଚଳ ପ୍ରଦେଶ, ଓଡ଼ିଶା, ଜମ୍ମୁ ଓ କାଶ୍ମୀର ଏବଂ ସିକ୍କିମ । ଓଡ଼ିଶାରେ ଚାରୋଟି ପର୍ଯ୍ୟାୟରେ ୧୧, ୧୮, ୨୩ ଏବଂ ୨୯ ଅପ୍ରେଲ ମାସରେ ନିର୍ବାଚନ ହୋଇଥିଲା ।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି ।
ବିଭୁ ମହାପାତ୍ର ଜଣେ ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଫ୍ୟାସନ ଡିଜାଇନର । ସେ ୧୯୭୨ ମସିହା ଜୁନ ମାସ ୭ ତାରିଖରେ ରାଉରକେଲାଠାରେ ଜନ୍ମଗ୍ରହଣ କରିଥିଲେ । ୧୯୯୬ ମସିହାରେ ଜନ୍.ଏମ୍.ହଣ୍ଟସମ୍ୟାନ ସ୍କୁଲ ଅଫ ବିଜିନେସରୁ ଅର୍ଥନୀତିରେ ସ୍ନାତକୋତ୍ତର ଉପାଧୀ ଅର୍ଜନ କରିଥିଲେ । ୧୯୯୭ ମସିହାରେ, ନ୍ୟୁୟର୍କର ଫ୍ୟାସନ ଇନଷ୍ଟିଚ୍ୟୁଟ ଅଫ ଟେକନୋଲୋଜୀରେ ଫ୍ୟାସନ ପାଠ୍ୟକ୍ରମରେ ଯୋଗଦାନ କରିଥିଲେ । ଫ୍ୟାସନ ଇନଷ୍ଟିଚ୍ୟୁଟ ଅଫ ଟେକନୋଲୋଜୀରେ ପଢିବା ସମୟରେ ହିଁ ସେ ବର୍ଷର ଶ୍ରେଷ୍ଠ ସାନ୍ଧ୍ୟ ପୋଷାକ ଡିଜାଇନର ଭାବରେ ପୁରସ୍କୃତ ହୋଇଥିଲେ । ଫ୍ୟାସନ ଇନଷ୍ଟିଚ୍ୟୁଟ ଅଫ ଟେକନୋଲୋଜୀରୁ ପାସ କରିବା ପରେ ତାଙ୍କୁ 'ହଲଷ୍ଟନ' ପକ୍ଷରୁ ସହାୟକ ଡିଜାଇନର ଭାବରେ କାମ କରିବାର ସୁଯୋଗ ମିଳିଥିଲା । ୧୯୯୯ ମସିହାରେ ତାଙ୍କୁ 'ଜେ.ମେଣ୍ଡେଲ'ର ଡିଜାଇନ ଡାଇରେକ୍ଟର ରୂପେ ନିଜୁକ୍ତି ମିଳିଥିଲା ଓ ଆଗାମୀ ୧୦ ବର୍ଷ ଭିତରେ ସେ 'ଜେ.ମେଣ୍ଡେଲ'କୁ ଏକ ଯୁବସୁଲଭ ରୂପ ଦେବାରେ ସଫଳ ହୋଇଥିଲେ । ଏହି ସମୟରେ ତାଙ୍କ କାମର ଚର୍ଚା 'ଷ୍ଟାଇଲ ଡଟ କମ', 'ଡିଏନଏ', 'ନ୍ୟୁୟର୍କ ମାଗାଜିନ','ଫୋର୍ବସ ମାଗାଜିନ', 'ଭୋଗ୍' ଆଦି ପ୍ରମୁଖ ଫ୍ୟାସନ ମାଗାଜିନରେ ବରାବର ହୋଇଆସୁଥିଲା । ୨୦୦୮ ମସିହାରେ ସେ 'ଜେ.ମେଣ୍ଡେଲ'ରୁ ଇସ୍ତଫା ଦେଇ ନିଜର ସ୍ୱତନ୍ତ୍ର କାମ ଆରମ୍ଭ କଲେ । ସେବେଠାରୁ ସେ ନ୍ୟୁୟର୍କରେ ରହି ଫ୍ୟାସନ କ୍ଷେତ୍ରରେ ନିଜ ପାଇଁ ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି । ତାଙ୍କଦ୍ୱାରା ନିର୍ମିତ ପୋଷାକକୁ 'ଆଞ୍ଜେଲିନା ଜୋଲି', 'କେଟ ବ୍ଲାଞ୍ଚେଟ', 'ସିଏନା ମିଲର', 'ଗ୍ଲେନ କ୍ଲୋଜ', 'କଟ୍ରିନା କେଫ', 'ଦୀପିକା ପାଦୁକୋନ' ଆଦି ବହୁ ବିଶିଷ୍ଟ ମହିଳାମାନେ ପରିଧାନ କରି, ତାଙ୍କୁ ଜଣେ ଉଚ୍ଚକୋଟିର ଡିଜାଇନରର ମାନ୍ୟତା ପ୍ରଦାନ କରିଛନ୍ତି । ନିକଟ ଅତୀତରେ ଆମେରିକାର ପ୍ରଥମ ମହିଳା, ରାଷ୍ଟ୍ରପତି ବରାକ ଓବାମାଙ୍କ ପତ୍ନୀ ମିସେଲ ଓବାମା ମଧ୍ୟ ବିଭୁ ମହାପାତ୍ରଙ୍କଦ୍ୱାରା ପ୍ରସ୍ତୁତ ପୋଷାକ ପରିଧାନ କରିଥିଲେ ।ବର୍ତମାନ ସେ ଓଡ଼ିଶାର ବସ୍ତ୍ରକଳାକୁ ଉପଯୋଗ କରି, ଏହାକୁ ଏକ ନୂତନ ରୂପରେ ପ୍ରସ୍ତୁତ କରିବାକୁ ଚେଷ୍ଟାରତ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।