ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ପ୍ଲେଗ (ଇଂରାଜୀ ଭାଷାରେ Plague) ଏକ ସଂକ୍ରାମକ (infectious disease) ରୋଗ ଯାହା ୟେରସିନିଆ ପେସ୍ଟିସ (Yersinia pestis) ନାମକ ଏକ ଜୀବାଣୁଦ୍ୱାରା (bacterium) ହୁଏ । ଏହି ରୋଗରେ ଜ୍ୱର, ମୁଣ୍ଡ ବିନ୍ଧା ହୁଏ ଓ ଦୁର୍ବଳ ଲାଗେ । ଜୀବାଣୁ ସଂସ୍ପର୍ଶରେ ଆସିବାର ସଂସ୍ପର୍ଶର ୧-୭ ଦିନ ପରେ ରୋଗ ଆରମ୍ଭ ହୁଏ । ବୁବୋନିକ ପ୍ଲେଗରେ (Bubonic plague) ଲସିକା ଗ୍ରନ୍ଥି ଫୁଲିଯାଏ, ସେପ୍ଟିସେମିକ ପ୍ଲେଗରେ (septicemic plague) ତନ୍ତୁମାନଙ୍କ ମୃତ୍ୟୁ ହୋଇ କଳା ପଡ଼ିଯାଏ ଓ ନିମୋନିକ ପ୍ଲେଗରେ (pneumonic plague) ଛାତି ଯନ୍ତ୍ରଣା, କାଶ ହେବା ସହିତ ରୋଗୀକୁ ଅଣନିଶ୍ୱାସୀ ଲାଗେ । ଫ୍ଲି (flea) କାମୁଡ଼ା ଯୋଗୁ ଓ ସଂକ୍ରମିତ ପଦାର୍ଥକୁ ବ୍ୟବହାର କରିବାଦ୍ୱାରା ବୁବୋନିକ ଓ ସେପ୍ଟିସେମିକ ପ୍ଲେଗ ବ୍ୟାପିଥାଏ । ନିମୋନିକ ପ୍ଲେଗ ସାଧାରଣତଃ ବାୟୁ ମାଧ୍ୟମରେ (through the air) ସଂକ୍ରାମକ କଣିକାଦ୍ୱାରା ବ୍ୟାପିଥାଏ । ଲସିକା ଗ୍ରନ୍ଥି, ରକ୍ତ ଓ ଖଙ୍କାର (sputum) ପରୀକ୍ଷା କରିବାପରେ ସେଥିରେ ଜୀବାଣୁ ଦେଖିଲେ ରୋଗ ନିର୍ଣ୍ଣୟ କରାଯାଏ ।ରୋଗ ସଙ୍କଟ ଅଧିକ ଥିଲେ ଟିକା (vaccinated) ଦିଆଯାଏ । ବୁବୋନିକ ପ୍ଲେଗ ସଂସ୍ପର୍ଶରେ ଆସିଥିଲେ ପ୍ରତିଷେଧକ ଭାବରେ ଔଷଧ ଦେବା ଆବଶ୍ୟକ । ରୋଗ ଆରମ୍ଭ ହୋଇଗଲେ ଆଣ୍ଟିବାୟୋଟିକ (Antibiotic) ଓ ସାହାଯ୍ୟକାରୀ ଯତ୍ନ (supportive care) ସାହାଯ୍ୟରେ ଚିକିତ୍ସା କରାଯାଏ । ସାଧାରଣତଃ ଜେଣ୍ଟାମାଇସିନGentamicin ଓ ଫ୍ଲୋରୋକୁଇନୋଲିନ (fluoroquinolone) ଆଣ୍ଟିବାୟୋଟିକ ଦିଆଯାଏ । ଉପଯୁକ୍ତ ଚିକିତ୍ସା ମିଳିଲେ ମଧ୍ୟ ପ୍ରାୟ ୧୦% ରୋଗୀଙ୍କର ମୃତ୍ୟୁ ହୁଏ ଓ ଅଣଚିକିତ୍ସିତ ହେଲେ ୭୦% ରୋଗୀଙ୍କର ମୃତ୍ୟୁ ହୁଏ ।ରିପୋର୍ଟ ଅନୁସାରେ ପ୍ରତି ବର୍ଷ ପୃଥିବୀରେ ପ୍ରାୟ ୬୦୦ ଲୋକଙ୍କର ଏହି ରୋଗ ଯୋଗୁ ମୃତ୍ୟୁ ହୁଏ । ସନ ୨୦୧୭ରେ ଅଧିକାଂଶ ରୋଗୀ ଡେମୋକ୍ରାଟିକ ରିପବ୍ଲିକ ଅଫ ଦି କଙ୍ଗୋ (Democratic Republic of the Congo), ମାଡାଗାସ୍କର (Madagascar) ଓ ପେରୁ (Peru) ଭଳି ଦେଶମାନଙ୍କରେ ଦେଖାଯାଇଥିଲେ । ଯୁକ୍ତରାଷ୍ଟ୍ର ଆମେରିକାର ମଫସଲ ଅଞ୍ଚଳରେ ଏହି ରୋଗ ଦେଖାଯାଏ । ଏହି ରୋଗ ଐତିହାସିକ ମହାମାରୀ (outbreaks) ରୂପ ଧାରଣ କରିପାରେ ଯେପରିକି ୧୪ଶ ଶତାବ୍ଦୀର କଳ ମୃତ୍ୟୁ ବା ବ୍ଲାକ ଡେଥ (Black Death) ଯେଉଁଥିରେ ୫୦ନିୟୁତରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଥିଲା ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଚିଲିକା ଓଡ଼ିଶାର ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମ ଜିଲ୍ଲାରେ ବ୍ୟାପିଥିବା ଏକ ଲବଣାକ୍ତ ହ୍ରଦ । ଏହା ଓଡ଼ିଶାର ସବୁଠୁ ବଡ଼ ହ୍ରଦ । ଅଂଶୁପା ଓ ସର ମଧୁରଜଳ ହ୍ରଦ ହୋଇଥିବା ବେଳେ ଚିଲିକା ହେଉଛି ଲବଣାକ୍ତ ଜଳ ( Brackish Water) ହ୍ରଦ। ଏଠାରେ ଥିବା ନଳବଣ ବିଦେଶୀ ପକ୍ଷୀମାନଙ୍କ ଶୀତକାଳୀନ ବାସସ୍ଥାନ । ଚିଲିକାରେ ଶୀତଦିନ ବିତାଇବା ପାଇଁ ଏମାନେ ହଜାର ହଜାର ମାଇଲ ଉଡ଼ି ସୁଦୂର ଉତ୍ତର ଗୋଲାର୍ଦ୍ଧ ଓ ସାଇବେରିଆ ଅଞ୍ଚଳରୁ ଆସନ୍ତି । ଏଠାରେ ଥିବା ପରିକୁଦ ଓ ମାଲୁଦ ଦ୍ୱୀପରେ ଥିବା ମନ୍ଦିର ପର୍ଯ୍ୟଟକମାନଙ୍କ ପାଇଁ ଅନ୍ୟତମ ଆକର୍ଷଣ । ପ୍ରକୃତିର ବିବିଧତା ଏଠାରେ ଫୁଟିକରି ଦେଖାଯାଏ । ବିଭିନ୍ନ ପ୍ରକାରର ପକ୍ଷୀ, ସାମୁଦ୍ରିକ ପ୍ରାଣୀ, ଉଦ୍ଭିଦମାନଙ୍କର ଏହା ଗନ୍ତାଘର ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ରଘୁନାଥ ମହାନ୍ତି (ଜନ୍ମ: ୧୧ ନଭେମ୍ବର ୧୯୪୯) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ଓଡ଼ିଶା ରାଜନୀତିରେ ସକ୍ରିୟ ଅଛନ୍ତି । ଓଡ଼ିଶା ବିଧାନ ସଭାରେ ସେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୯୦, ୧୯୯୫, ୨୦୦୦, ୨୦୦୪ ଓ ୨୦୦୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବସ୍ତା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୦ମ, ୧୧ଶ, ୧୨ଶ, ୧୩ଶ, ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ବଳଦେବ ରଥ (୧୭୮୯ - ୧୮୪୫) ଗଞ୍ଜାମ ଜିଲ୍ଲାର ଜଣେ ଓଡ଼ିଆ ରୀତି ଯୁଗର କବି । ସେ କବିସୂର୍ଯ୍ୟ ଭାବେ ପରିଚିତ । ଏକାଧାରରେ ଜଣେ କବି ଓ ସଙ୍ଗୀତକାର ଭାବରେ କବିତା, ଚମ୍ପୂ ଆଦିର ରଚନା କରି ସ୍ୱରସଂଯୋଜନା କରିଥିଲେ । ଗଞ୍ଜାମ ଜିଲ୍ଲାର ଢୁମ୍ପା ସଙ୍ଗୀତକୁ କବିସୂର୍ଯ୍ୟ ଆରମ୍ଭ କରିଥିଲେ ଓ ଗୀତ ରଚନା କରିଥିଲେ । ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
କ୍ରିଏଟିଭ କମନ୍ସ(ସିସି) ଏକ ଆମେରିକୀୟ ଅଣଲାଭକାରୀ ସଂସ୍ଥା ଯାହା ରଚନାତ୍ମକ କାମକୁ ଆଇନଗତ ଭାବେ ବାଣ୍ଟିବା ଓ ବ୍ୟବହାର କରିବାରେ ସାହାୟତା କରେ । ଏହି ସଂସ୍ଥା କପିରାଇଟ ଲାଇସେନ୍ସ ରୂପରେ କ୍ରିଏଟିଭ କମନ୍ସ ଲାଇସେନ୍ସ ବା ସିସି ଲାଇସେନ୍ସ ପ୍ରକାଶିତ କରିଛି ଯାହା ନିଶୁଳ୍କ ଭାବେ ବ୍ୟବହାର କରିହେବ। ଏହି ଲାଇସେନ୍ସ ସ୍ରଷ୍ଠାକୁ କିଛି ଅଧିକାର ରଖିବାରେ ସାହାୟତା କରେ । ସହଜରେ ବ୍ୟବହାରକାରୀକୁ ଲାଇସେନ୍ସ ବିଷୟରେ ବୁଝେଇବା ପାଇଁ କିଛି ପ୍ରତୀକ ମଧ୍ୟ ବ୍ୟବହାର କରାଯାଏ । କ୍ରିଏଟିଭ କମନ୍ସ କପିରାଇଟର ଅନ୍ୟ ରୁପ ନୁହଁ କିନ୍ତୁ ତା ଉପରେ ଆଧାରିତ ଅଟେ ।
ପ୍ରଫେସର ଦାଶରଥି ଦାସ, ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ, ପ୍ରାବନ୍ଧିକ ତଥା ସମାଲୋଚକ । ସେ କେନ୍ଦ୍ରାପଡ଼ା ଜିଲ୍ଲାର ଅୟତପୁରଠାରେ ୧୭ ଜୁଲାଇ ୧୯୩୬ରେ ଜନ୍ମଗ୍ରହଣ କରିଥିଲେ । ସେ ରେଭେନ୍ସା ମହାବିଦ୍ୟାଳୟ ଓ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଅଧ୍ୟାପନା କରିଥିଲେ ଏବଂ ସାହିତ୍ୟର ବିଭିନ୍ନ ବିଭାଗ ଉପରେ ଆଧାରିତ ପ୍ରାୟ ଦଶରୁ ଉର୍ଦ୍ଧ ପୁସ୍ତକ ରଚନା କରିସାରିଛନ୍ତି ।
ଦେବସ୍ନାନ ପୂର୍ଣ୍ଣିମା ପରଦିନଠାରୁ ନେତ୍ରୋତ୍ସବ ପର୍ଯ୍ୟନ୍ତ ଜଗନ୍ନାଥ ମନ୍ଦିରରେ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରା ଜରରେ ପୀଡ଼ିତ ହୋଇ ଉପଚାର ଘେନୁଥିବାରୁ ଭକ୍ତମାନଙ୍କୁ ଦର୍ଶନ ଦିଅନ୍ତିନାହିଁ । ଏହି କାଳକୁ ଅଣସର ବା ଅନବସର କୁହାଯାଏ । ଦେବସ୍ନାନ ପୂର୍ଣ୍ଣିମା ଦିନ ଦେବସ୍ନାନ ମଣ୍ଡପରେ ଜଗନ୍ନାଥ, ବଳଭଦ୍ର, ଓ ସୁଭଦ୍ରାଙ୍କ ପ୍ରତିମା ଉପରେ ସୁନାକୂଅର ଅଧିବାସ ହୋଇ ରହିଥିବା ୧୦୮ ଗରା ଜଳ ଢଳାହୋଇ ସ୍ନାନ କରାଯାଏ । ଲଗାତର ୨୧ଦିନ ଧରି ନରେନ୍ଦ୍ର ପୋଖରୀରେ ଚାପଖେଳିବା ପରେ ଶ୍ରୀଜୀଉମାନେ ୧୦୮ ଗରା ଜଳରେ ସ୍ନାନ କରିବାରୁ ତାଙ୍କୁ ଜ୍ୱର ହୋଇଛି ବୋଲି ଯାତ୍ରୀମାନଙ୍କୁ କହାଯାଏ । ଜ୍ୱର ହେବାପରେ ଶ୍ରୀଜୀଉମାନଙ୍କୁ ଉପଚାର କରିବା ନିମନ୍ତେ ଦଇତାପତି ସେବକ ଓ ଅନ୍ୟ ସେବକମାନେ ଠାକୁରମାନଙ୍କୁ ଅଣସର ଘରକୁ (ଜଗନ୍ନାଥ ମନ୍ଦିରର ଜଗମୋହନରେ ଚନ୍ଦନ ଅର୍ଗଳି ନିକଟରେ ଥିବା ଏକ ସ୍ଥାନ) ନିଅନ୍ତି । ଏହି ସମୟରେ ମହାପ୍ରଭୁଙ୍କ ଦେହରେ ଚୁଆ, କର୍ପୁର, କସ୍ତୁରୀ ଓ ଚନ୍ଦନ ଲେପନ କରାଯିବା ସହ ପାରମ୍ପାରିକ ଉପଚାର କରାଯାଏ । ଅଣସର ଘରେ କେବଳ ଦଇତା ସେବକମାନେ ଅର୍ଥାତ ବିଶ୍ୱାବସୁଙ୍କ ବଂଶଧରମାନେ ସେବାକାର୍ଯ୍ୟ କରନ୍ତି । ବର୍ଷକ ବାର ମାସ ମଧ୍ୟରୁ ପତି ମହାପାତ୍ର ବା ବ୍ରାହ୍ମଣମାନଙ୍କ ସେବା ୧୧ମାସ ଏବଂ ଦଇତାମାନଙ୍କ ସେବା ଏକ ମାସ । ଏହା ଆଷାଢ଼ କୃଷ୍ଣ ପ୍ରତିପଦାରୁ ନୀଳାଦ୍ରୀ ବିଜେ ଯାଏଁ ଚଉଦଦିନ ଧରି କରାଯାଇଏ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଗୁଗଲ ନାଓ ଏକ ବୁଦ୍ଧିମାନ୍ ନିଜସ୍ୱ ସହଜ୍ୟକାରି ଆପ୍ । ଗୁଗଲ ନାଓ ସେବା ଏବେ ଗୁଗୁଲ୍ ସର୍ଚ୍ରେ ଜଡିତ ହୋଇ ରହୁଛି । ଏବଂ ଗୁଗୁଲ୍ ସର୍ଚ୍ଟି ଆନଡ୍ରଏଡ୍ ଓ ଆଇ.ଓ.ଏସ୍ରେ ଉପଲବ୍ଧ ମଧ୍ୟ ହେଉଛି । ଏହା ପରେ ମଧ୍ୟ ନିଜସ୍ୱ କମ୍ପୁଟରରେ ଥିବା ଗୁଗୁଲ୍ କ୍ରୋମ୍ ନାମକ ଏକ ବେବ୍ ବ୍ରାଉଜରରେ ଗୁଗଲ ନାଓର ସୁବିଧା ମିଳୁଛି । ଗୁଗଲ ନାଓ ସ୍ୱଭାବିକ ଭାଷାର ଏକ ୟୁଜର୍ ଇନ୍ଟର୍ଫେସରୁ ସାହାଯ୍ୟ ନେଉଛି । ଏବଂ ଏହି ୟୁଜର୍ ଇନ୍ଟର୍ଫେସରୁ ସାହାଯ୍ୟ ନେଇ ସେ ପ୍ରଶ୍ନର ଉତ୍ତର ଦେଉଛି, ସପାରିଶ ବା ମତ ଦଉଛି ଓ ବେବ୍ରେ ଖୋଜି ଫଳାଫଳ ଦେଖାଉଛି । ଗୁଗଲ ନାଓ ଯେ ଖାଲି ପ୍ରଷ୍ନର ଉତ୍ତର ଦେଉଛି ଏହା ନୁହେ କିନ୍ତୁ ସେ ୟୁଜର୍ର ମନପସନ୍ଦର ଜିନିସର ତାଲିକା ରଖୁଛି ଏବଂ ତାକୁ ୟୁଜର୍କୁ ଦେଖାଉଚି । ୟୁଜର୍ ଜଣକ ତାଙ୍କର ନିଜସ୍ୱ ଇନ୍ଟରେସ୍ଟ ହିସାବରେ ତାଲିକା ଗଠନ କରିପାରିବେ ଓ ଗୁଗଲ ନାଓକୁ ସେହି ବିସୟରେ ଅଧୁନାତନ କରୁଚି । ସେ ୟୁଜରଙ୍କ ଇନ୍ଟରେସ୍ଟ ଅନୁସାରେ ମଧ୍ୟ ପୁର୍ବାନୁମାନ କରିପାରୁଛି ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ୱରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ମା’ ଶାରଳାଙ୍କ ମନ୍ଦିର ଓଡ଼ିଶା ରାଜ୍ୟର ଜଗତସିଂହପୁର ଜିଲ୍ଲାରେ ଅବସ୍ଥିତ। ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଲିଖିତ ଜଗନ୍ନାଥ ମନ୍ଦିର ଓ ଜଗନ୍ନାଥ ବହିରେ ସପ୍ତମ ପରିଚ୍ଛେଦରେ ଲିଖିତ ଅଛି - ରତ୍ନଗିରି ଦକ୍ଷିଣକୁ ସିଧାସଳଖ ପ୍ରାୟ ୨୦ ମାଇଲ ଦୂରରେ ପ୍ରସିଦ୍ଧ ତିର୍ତ୍ତୋଳ ଭୂବନ୍ଦର । ଏହାକୁ ହୁଏନସାଂ ଚେଲିତାଲେ କହିଛନ୍ତି । ତିରିତୋଳର ବର୍ତ୍ତମାନ ନାମ ତିର୍ତ୍ତୋଲ । ଏହା ନିକଟରେ ଥିବା ଝଙ୍କଡ଼ଠାରେ ଦେବୀ ଶାରଳାଙ୍କ ପୀଠ। ସାରଳା ମହାଭାରତରେ ଏହି ଝଙ୍କଡ଼କୁ ଜଙ୍ଗେର ବା ଜଙ୍ଗେରପୁର କୁହାହୋଇଛି । ପୂର୍ବେ ପୂର୍ବଭାରତର ପ୍ରସିଦ୍ଧ ବନ୍ଦର ଚେଳିତାଳୋ ଥିବା ଯୋଗୁଁ ସେହି ଅଞ୍ଚଳରେ ଯକ୍ଷ ବା ଜଙ୍ଖମାନେ ରହିବା ସ୍ୱାଭାବିକ। ତେଣୁ ଜଙ୍ଖମାନେ ରହୁଥିବା ଅଞ୍ଚଳକୁ ଜଙ୍ଖେରପୁର କୁହାଯାଉଥିବା ସମ୍ଭବ। ସେତେବେଳେ ବୃଦ୍ଧା ଏବଂ ଚନ୍ଦ୍ରଭାଗା ଦୁଇଟି ନଦୀ ଶାରଳା ଠାକୁରାଣୀଙ୍କ ବିଜେସ୍ଥଳୀର ଉତ୍ତର ଦକ୍ଷିଣରେ ପ୍ରବାହିତ ହୋଇ ସମୁଦ୍ରରେ ମିଶିଥିଲେ । ବର୍ତ୍ତମାନ ସେହି ବୃଦ୍ଧନଦୀ ବୁଢ଼ାନଈ ନାମରେ ନାମିତ । ସାରଳା ଦାସ ବୃଦ୍ଧନଦୀକୁ ବୁଧମାତା ନାମେ ନଦୀ’ବର୍ଣ୍ଣନା କରିଛନ୍ତି । ସାରଳା ଦାସ ତାଙ୍କ ପୁରାଣରେ ଶାରୋଳ ଗ୍ରାମରେ ଶାରଳାପୀଠ ଅବସ୍ଥିତ ବୋଲି କହିଛନ୍ତି । ବର୍ତ୍ତମାନ ଝଙ୍କଡ଼ ପ୍ରଗଣାରେ ବଡ଼ ଶାରୋଳ ଓ ସାନ ଶାରୋଳ ନାମରେ ଦୁଇଟି ଗ୍ରାମ ଅଛି । ସେହି ଗ୍ରାମ ନିକଟରେ ପୂର୍ବେ ଶାରଳା ଠାକୁରାଣୀଙ୍କ ମନ୍ଦିର ଥିଲା ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଦଣ୍ଡନାଚ ଓଡ଼ିଶାର ଏକ ପ୍ରାଚୀନ ଓ ପାରମ୍ପରିକ ନାଚ । ଏହା ଗଞ୍ଜାମ ଜିଲ୍ଲାର ଏକ ଲୋକ ପର୍ବ। ଏହା ଗ୍ରାମାଞ୍ଚଳରେ ଏହା କାମନା ଦଣ୍ଡ ଭାବେ ପରିଚିତ। ଏହି ନୃତ୍ୟ ଧର୍ମିୟ ଧାରଣା ଏବଂ ଈଶ୍ୱର ବିଶ୍ୱାସ ଉପରେ ପ୍ରତିଷ୍ଠିତ । ନାଟକର ସୃଷ୍ଟି କେବେ ଓ କିଭଳି ହେଲା ତାହା ରହସ୍ୟମୟ । ତେବେ ଆଧୁନିକ ନାଟକ ସୃଷ୍ଟିର ବହୁ ପୂର୍ବରୁ ଲୋକନାଟକ ଗୁଡିକ ସୃଷ୍ଟି ହୋଇଥିବା ବିଷୟକୁ ଅସ୍ୱୀକାର କରାଯାଇ ନପାରେ । କାରଣ ବେଦ, ଭରତମୁନିଙ୍କ ନାଟ୍ୟଶାସ୍ତ୍ର,ବୌଦ୍ଧ ନିକାୟ,ପାଣିନି,କୃଶାଶ୍ୱ ଓ ବିଭିନ୍ନ ପୌରାଣିକ ଗ୍ରନ୍ଥରୁ ଲୋକନାଚକ ସମ୍ପର୍କରେ ସଂକେତ ମିଳିଥାଏ । ଲୋକନାଟକ ଗୁଡିକର ବର୍ହିଲକ୍ଷ ଓ ଅନ୍ତର୍ଲକ୍ଷ ହେଉଛି ଶିକ୍ଷା ପ୍ରଦାନ । ଜନଜୀବନର କାହାଣୀକୁ ବା ଲୋକବୃତ୍ତକୁ ବିଶ୍ୱସ୍ତ ଭାବେ ଉପସ୍ଥାପିତ କରିବା ଲୋକନାଟକର ଅନ୍ୟ ଏକ ଲକ୍ଷ । ନାଟକ ହେଉଛି ଦୃଶ୍ୟକାବ୍ୟ ଓ କାବ୍ୟମାନଙ୍କ ମଧ୍ୟରେ ଶ୍ରେଷ୍ଠ । ନାଟକର ସ୍ରଷ୍ଟା ନାଟ୍ୟ ଶିଳ୍ପିର ମାୟାଜାଲ ବିସ୍ତାର କରି ଦର୍ଶକର ଚିତ୍ତ ବିନୋଦନ ସହିତ ସତ୍ୟ ,ଶିବ ଓ ମଙ୍ଗଳର ଜୟଗାନପାଇଁ ଆହ୍ୱାନ ଦେଇଥାନ୍ତି ।
ସ୍ତନ୍ୟପାୟୀ (ଇଂରାଜୀ: Mammal; ଶ୍ରେଣୀ Mammalia /məˈmeɪli.ə/) ସମୂହର ପ୍ରାଣୀମାନେ (ନାରୀ) ନିଜ ନବଜାତ ଶିଶୁକୁ ସ୍ତନ୍ୟ ପାନ କରାଇଥାନ୍ତି । ମହିଳାମାନଙ୍କ କ୍ଷେତ୍ରରେ ସ୍ତନ ଗ୍ରନ୍ଥି ଦେଖାଯାଇଥାଏ, ଯାହାକି ସରୀସୃପ କିମ୍ବା ପକ୍ଷୀମାନଙ୍କ କ୍ଷେତ୍ରରେ ଦେଖାଯାଇନଥାଏ । ସ୍ତନ୍ୟପାୟୀ ସମୂହର ଚାରି କୋଠରି ବିଶିଷ୍ଟ ହୃତପିଣ୍ଡ ରହିଥାଏ ଓ ମସ୍ତିସ୍କ ଗଠନ ଅପେକ୍ଷାକୃତ ଉନ୍ନତ ହୋଇଥାଏ ।
ସଂଯୁକ୍ତା ପାଣିଗ୍ରାହୀ (୨୪ ଅଗଷ୍ଟ ୧୯୪୪– ୨୪ ଜୁନ ୧୯୯୭) ଜଣେ ଭାରତୀୟ ନୃତ୍ୟଶିଳ୍ପୀ, ଯିଏ ଭାରତୀୟ ଶାସ୍ତ୍ରୀୟ ନାଟ ଓଡ଼ିଶୀର ଜଣେ ପ୍ରଧାନ ପ୍ରଚାରିକା ଥିଲେ । ସଂଯୁକ୍ତା ପ୍ରଥମ ଓଡ଼ିଆ ନାରୀଭାବେ ପୁରାତନ ଶାସ୍ତ୍ରୀୟ ନାଟକୁ ଶିଶୁକାଳରୁ ଆଦରି ନେଇଥିଲେ ତଥା ଏହାର ପୁନରୁଦ୍ଧାର ଓ ଏହାକୁ ଦେଶବିଦେଶରେ ଆଦୃତ କରାଇବାରେ ମହତ୍ତ୍ୱପୂର୍ଣ୍ଣ ଭୂମିକା ବହନ କରିଥିଲେ । ଓଡିଶୀ ନୃତ୍ୟକୁ ଭାରତ ସମେତ ସମଗ୍ର ବିଶ୍ୱରେ ଆଦୃତ କରାଇବା ପାଇଁ ସେ ଭିନ୍ନ ଭିନ୍ନ ସ୍ଥାନ ଯେପରି ଆମେରିକା, ଫିଲିପାଇନ୍ସ, ୟୁନାଇଟେଡ୍ କିଙ୍ଗଡମ୍, ଇସ୍ରାଏଲ୍, ଗ୍ରୀସ୍, ପ୍ୟାରିସ୍ ତଥା ଅନ୍ୟାନ୍ୟ ଦେଶ ଗୁଡିକ ଭ୍ରମଣ କରି ସେଠାରେ ଓଡିଶୀ ନୃତ୍ୟର ପ୍ରଚାର କରିଥିଲେ | ତାଙ୍କ ନୃତ୍ୟ ପ୍ରତିଭା ଓ ନୃତ୍ୟକଳା ପ୍ରତି ଅବଦାନ ସ୍ୱରୁପ ତାଙ୍କୁ ୧୯୭୫ ମସିହାରେ ଭାରତର ଅନ୍ୟତମ ବେସାମରିକ ସମ୍ମାନ ପଦ୍ମଶ୍ରୀରେ ସମ୍ମାନିତ କରାଯାଇଥିଲା । ୧୯୭୬ରେ ମଧ୍ୟ ସେ ସଙ୍ଗୀତ ନାଟକ ଏକାଡେମୀ ସମ୍ମାନରେ ସମ୍ମାନିତ ହୋଇଥିଲେ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ତଥ୍ୟ, ଗୁଣାତ୍ମକ ଓ ପରିଣାତ୍ମକ ପରିବର୍ତ୍ତନଶୀଳ ରାଶିମାନଙ୍କର ସଂଗ୍ରହକୁ ବୁଝାଇଥାଏ | ତଥ୍ୟ ଏବଂ ସୂଚନା ଅନେକ ସମୟରେ ପରସ୍ପର ଜାଗାରେ ବ୍ୟବହୃତ ହୋଇଥାନ୍ତି | ତଥ୍ୟ, ସୂଚନା ଓ ଜ୍ଞାନ ହେଉଛି ପରସ୍ପର ସମ୍ବନ୍ଧୀୟ ଅବଧାରଣା | ତଥ୍ୟ ସାଧାରଣତଃ ଯେ କୌଣସି କ୍ଷେତ୍ରରେ ଗବେଷଣା ପାଇଁ ଉପଯୋଗ ହୋଇଥାଏ | ଏହା ବିଭିନ୍ନ ବୈଜ୍ଞାନିକ ସଂସ୍ଥାନ, ଅନୁଷ୍ଠାନ ଓ ବାଣିଜ୍ୟ କ୍ଷେତ୍ର (ବିକ୍ରି ତଥ୍ୟ, ରାଜସ୍ୱ ତଥ୍ୟ ଓ ବିକ୍ରୟ ପାଇଁ ଗଚ୍ଛିତ ଦ୍ରବ୍ୟର ମୂଲ୍ୟ ) ଇତ୍ୟାଦିରୁ ସଂଗ୍ରହ କରାଯାଇଥାଏ | ହ୍ୟାକିଂଦ୍ୱାରା ତଥ୍ୟ ଚୋରିରେ ବିଶ୍ୱରେ ଭାରତ ଦ୍ୱିତୀୟ ସ୍ଥାନରେ ଅଛି । ପ୍ରଥମ ସ୍ଥାନରେ ଯୁକ୍ତରାଷ୍ଟ୍ର ଆମେରିକା ଅଛି ।
ଭୁବନେଶ୍ୱର ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ୱର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ୱର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ୱାରା ବିଶେଷ ଆଦୃତ ହୋଇଅଛି ।ଭୁବନେଶ୍ୱର ନାମଟି ଶିବଙ୍କ ଅନ୍ୟନାମ ତ୍ରିଭୁବନେଶ୍ୱର ନାମରୁ ଆସିଅଛି । ଭୁବନେଶ୍ୱର ୩୦୦୦ ବର୍ଷ ଆଗରୁ ମହାମେଘ ବାହନ ଚେଦି ବଂଶଦ୍ୱାରା ଆରମ୍ଭ ହୋଇଥିଲା ଯେଉଁମାନଙ୍କ ରାଜଧାନୀ ବର୍ତ୍ତମାନର ଭୁବନେଶ୍ୱର ପାଖ ଶିଶୁପାଳଗଡ଼ରେ ଥିଲା । ଭୁବନେଶ୍ୱର ତୋଷାଳୀ, କଳିଙ୍ଗ ନଗରୀ, ନଗର କଳିଙ୍ଗ, ଏକାମ୍ର କାନନ, ଏକାମ୍ର କ୍ଷେତ୍ର ଏବଂ ମନ୍ଦିର ମାଳିନୀ ନଗରୀ ନାମରେ ପ୍ରସିଦ୍ଧ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ମାନବ ଇମ୍ମ୍ୟୁନାଭାବ ଭୁତାଣୁ ସଂକ୍ରମଣ ଓ ଅର୍ଜିତ ଇମ୍ମ୍ୟୁନାଭାବ ସିଣ୍ଡ୍ରୋମ (HIV and AIDS) ଏକ ବିସ୍ତୃତ ଶ୍ରେଣୀର ଭୁତାଣୁ ଜନିତ ସଂକ୍ରମଣ ଯାହା ମାନବ ଇମ୍ମ୍ୟୁନାଭାବ ଭୁତାଣୁଦ୍ୱାରା ହୁଏ । ରୋଗ ଆରମ୍ଭ ସମୟରେ ଲକ୍ଷଣ ଜଣାଯାଇ ନ ପାରେ ବା ସାମାନ୍ୟ ଇନ୍ଫ୍ଲୁଏଞ୍ଜା ରୋଗ ଭଳି ଲକ୍ଷଣ ପ୍ରକାଶ ପାଏ । ଏହା ପଶ୍ଚାତ ବହୁତ ଦିନ ଧରି କୌଣସି ଲକ୍ଷଣ ଦେଖାଯାଏ ନାହିଁ । ସମୟକ୍ରମେ ଇମ୍ମ୍ୟୁନିଟି ବିଭାଗକୁ ଦୁର୍ବଳ କରିଦେବା ଫଳରେ ଯକ୍ଷ୍ମା ତଥା ଅନ୍ୟାନ୍ୟ ସଂକ୍ରମଣ ଓ ଅର୍ବୁଦ ଦେଖାଯାଏ ଯାହା ଇମ୍ମ୍ୟୁନିଟି ଥିବା ଲୋକଙ୍କଠାରେ ଦେଖାଯାଏ ନାହିଁ । ବିଳମ୍ବିତ ଲକ୍ଷଣ ବାହାରିଲେ ଏଡସ୍ କୁହାଯାଏ । ଏହି ସମୟରେ ଓଜନ ହ୍ରାସ ହୁଏ ।
ଅପରେଙ୍ଗ ସିଷ୍ଟମ କମ୍ପ୍ୟୁଟରର ବିଭିନ୍ନ ରିସୋର୍ସ ଯେପରିକି ମେମୋରୀ, ସି.ପି.ଇଉ., ଅନ୍ୟାନ୍ୟ ହାର୍ଡୱେର ଇତ୍ୟାଦିଙ୍କୁ ସଠିକ ଭାବେ ପରିଚାଳନା କରି ଏକ କମ୍ପ୍ୟୁଟରକୁ ସମ୍ପୂର୍ଣଭାବେ କାର୍ଯ୍ୟକାରୀ କରିବାରେ ସାହାଯ୍ୟକରେ । ଏହା ବିଭିନ୍ନ ପ୍ରୋଗ୍ରାମ, ହାର୍ଡୱେର ମଧ୍ୟରେ ତାଳ ମେଳ ରକ୍ଷା କରି ସେମାନଙ୍କୁ ଆବଶ୍ୟକୀୟ ରିସୋର୍ସ ପ୍ରଦାନ କରେ, ଯାହାଦ୍ୱାରା କମ୍ପ୍ୟୁଟରଟି ସୁରୁଖୁରରେ କାର୍ଯ୍ୟ କରିପାରେ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ଅନୁଭବ ମହାନ୍ତି (ଜନ୍ମ: ୨୪ ଦିସେମ୍ବର ୧୯୮୧) ଓଡ଼ିଶାରେ ରହୁଥିବା ଓଡ଼ିଆ କଥାଚିତ୍ର ଜଗତର ଜଣେ ଅଭିନେତା, ଲୋକ ସଭା ସଭ୍ୟ ତଥା ପୁର୍ବତନ ରାଜ୍ୟ ସଭା ସଭ୍ୟ । ସେ ୨୦୦୪ ମସିହାରେ ଆଇ ଲଭ ୟୁ ଚଳଚ୍ଚିତ୍ରରୁ ଅଭିନେତା ଜିବନ ଅରମ୍ଭ କରିଥିଲେ । ସେ ସାଥି ଅମର୍ କଥାଚିତ୍ର ମଧ୍ୟମରେ ବଙ୍ଗାଳି ଚଳଚ୍ଚିତ୍ରରେ ଅଭିନେତା ଜିବନ ଆରମ୍ଭ କରିଥିଲେ । ୨୦୧୯ ଭାରତୀୟ ସାଧାରଣ ନିର୍ବାଚନରେ ସେ କେନ୍ଦ୍ରାପଡ଼ା ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ନିକଟତମ ପ୍ରତିଦ୍ୱନ୍ଦୀ ବୈଜୟନ୍ତ ପଣ୍ଡାଙ୍କୁ ହରାଇ ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିଲେ ।