ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ମସ୍ତିଷ୍କ ହେଉଛି ଏକ ଅଙ୍ଗ ଯାହା ସମସ୍ତ ମେରୁଦଣ୍ଡୀ ଓ ଅଧିକାଂଶ ଅମେରୁଦଣ୍ଡୀ ପ୍ରାଣୀମାନଙ୍କରେ ସ୍ନାୟୁ ତନ୍ତ୍ରର କେନ୍ଦ୍ର। କେବଳ କେତେକ ଅମେରୁଦଣ୍ଡୀ ପ୍ରାଣୀ ଯଥା ସ୍ପଞ୍ଜ, ଜେଲିଫିଶ, ଷ୍ଟାରଫିଶ ଆଦିଙ୍କରେ ମସ୍ତିଷ୍କ ନଥାଏ । ମସ୍ତିଷ୍କ ମୁଣ୍ଡରେ ଅନ୍ୟାନ୍ୟ ସମ୍ବେଦକ ଅଙ୍ଗ ଯଥା ଦୃଷ୍ଟି, ଶ୍ରବଣ, ସ୍ୱାଦ ଆଦି ନିକଟରେ ରହିଛି । ଏହା ଶରୀର ସବୁଠୁ ଜଟିଳ ଅଙ୍ଗ । ମସ୍ତିଷ୍କର ସବୁଠୁ ବଡ ଅଂଶ ହେଉଛି ପ୍ରମସ୍ତିଷ୍କ (cerebral cortex) ଯେଉଁଥିରେ ୧୫୦୦-୩୩୦୦ କୋଟି ନ୍ୟୁରନ ବା ସ୍ନାୟୁ କୋଷିକା ରହିଛି। ଏହି କୋଷିକା ଗୁଡିକ ସିନାପ୍ସ ମାଧ୍ୟମରେ ଅନ୍ୟ ସ୍ନାୟୁ କୋଷିକାମାନଙ୍କ ସହ ସଂଯୁକ୍ତ । ମସ୍ତିଷ୍କ ଉପରେ ବୈଜ୍ଞାନିକ ମାନେ ବହୁତ ଗବେଷଣା କରିଛନ୍ତି ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଟିକଟକ, ଯାହା ଡଇନ (ଚୀନ: 抖音; ପିନଇନ : Dǒuyīn; ଆକ୍ଷରିକ ଅର୍ଥ: 'ଶବ୍ଦ କମ୍ପନ') ନାମରେ ମଧ୍ୟ ଚୀନରେ ଜଣାଶୁଣା ଏକ ଆଣ୍ଡ୍ରୋଏଡ ଏବଂ ଆଇଓଏସ ଆପ ବା ଆପ୍ଲିକେସନ, ଯେଉଁଥିରେ ଛୋଟ ଛୋଟ ସମୟର ଅବଧିଯୁକ୍ତ ଭିଡିଓ ତିଆରି କରାଯାଇ ବଣ୍ଟା ଯାଇଥାଏ । ତିନିରୁ ପନ୍ଦର ସେକେଣ୍ଡ ସମୟ ବିଶିଷ୍ଟ ସଙ୍ଗୀତ ଭିଡିଓ ତିଆରି ହୋଇଥାଏ ଏବଂ ବାରମ୍ବାରତା ଛୋଟ ଭିଡିଓ ୩ରୁ ୬୦ ସେକେଣ୍ଡର ତିଆରି ହୋଇଥାଏ ।ଏହା ବାଇଟଡ୍ୟାନ୍ସ ନାମକ ଏକ କମ୍ପାନୀଦ୍ୱାରା ପରିଚାଳିତ । ଚୀନରେ ସେପ୍ଟେମ୍ବର ମାସ ୨୦୧୬ ମସିହାରେ ଏହା ପ୍ରଥମେ ଡଇନ ନାମରେ ଆରମ୍ଭ ହୋଇଥିଲା ଏବଂ ଅନ୍ୟ ଦେଶର ବଜାରଗୁଡିକୁ ଏକବର୍ଷ ପରେ ଟିକଟକ ନାମରେ ଛଡ଼ା ଯାଇଥିଲା । ଅକ୍ଟୋବର ମାସ ୨୦୧୮ରେ ଏହି ଆପଟି ଯୁକ୍ତରାଷ୍ଟ୍ରରେ ସବୁଠାରୁ ଅଧିକ ଡାଉନଲୋଡ଼ କରାଯାଇଥିଲା । ୨୦୧୮ ମସିହା ସୁଦ୍ଧା ଏହା ୧୫୦ଟି ଦେଶରେ, ୭୫ଟି ଭାଷାରେ ଉପଲବ୍ଧ ଅଟେ । ଜୁଲାଇ ମାସ ୨୦୧୮ ମସିହାରେ ଏହାର ୫୦ କୋଟିରୁ ଅଧିକ ଗ୍ରାହକ ଥିଲେ ।
ଓଡ଼ିଶା ବିଧାନ ସଭାର ୧ମ ବିଧାନ ସଭା ୨୦ ଫେବୃଆରୀ ୧୯୫୨ରୁ ଆରମ୍ଭ ହୋଇ ୪ ମଇ ୧୯୫୭ଯାଏଁ ଚାଲିଥିଲା । ଏହି ବିଧାନ ସଭାର ବଚସ୍ପତି ଥିଲେ ନନ୍ଦ କିଶୋର ଦାସ, ଯିଏକି ୦୬ ମାର୍ଚ୍ଚ ୧୯୫୨ରୁ ୨୭ ମଇ ୧୯୫୭ଯାଏଁ ଦାୟିତ୍ୱ ତୁଲାଇଥିଲେ । ଭାରତୀୟ ଜାତୀୟ କଂଗ୍ରେସ ଏହି ବିଧାନସଭାରେ ସଂଖ୍ୟାଗରିଷ୍ଠତା ହାସଲ କରିଥିଲା ଏବଂ ନବକୃଷ୍ଣ ଚୌଧୁରୀ ଏହି ବିଧାନ ସଭାର ମୁଖ୍ୟମନ୍ତ୍ରୀ ହୋଇଥିଲେ । ଗଣତନ୍ତ୍ର ପରିଷଦର ନେତା ଶ୍ରଦ୍ଧାକର ସୂପକାର ବିରୋଧୀ ଦଳର ନେତା ଭାବରେ ଏହି ବିଧାନ ସଭାରେ କାର୍ଯ୍ୟ କରିଥିଲେ ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣାଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URIଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URLଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
ଗୋପାଳ ଚନ୍ଦ୍ର ପ୍ରହରାଜ (୧୮୭୪-୧୯୪୫) ଜଣେ ଖ୍ୟାତନାମା ଓଡ଼ିଆ ଭାଷାବିଦ, ଲେଖକ ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ଏକ ସମ୍ଭ୍ରାନ୍ତ ଜମିଦାର ବ୍ରାହ୍ମଣ ପରିବାରରେ ହୋଇଥିଲା । ପେଷାରେ ଜଣେ ଓକିଲ ହୋଇଥିଲେ ମଧ୍ୟ ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।
ସୁରମା ପାଢ଼ୀ (ଜନ୍ମ: ୨୯ ଡିସେମ୍ବର ୧୯୬୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟି ରାଜନୈତିକ ଦଳ ସହ ସଂପୃକ୍ତ ଅଛନ୍ତି । ସୁରମା ଓଡ଼ିଶା ବିଧାନ ସଭାକୁ ଜଣେ ବିଧାୟିକା ଭାବରେ ନିର୍ବାଚିତ ହୋଇଥିଲେ । ୨୦୦୪ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଅନୁଭବ ମହାନ୍ତି (ଜନ୍ମ: ୨୪ ଦିସେମ୍ବର ୧୯୮୧) ଓଡ଼ିଶାରେ ରହୁଥିବା ଓଡ଼ିଆ କଥାଚିତ୍ର ଜଗତର ଜଣେ ଅଭିନେତା, ଲୋକ ସଭା ସଭ୍ୟ ତଥା ପୁର୍ବତନ ରାଜ୍ୟ ସଭା ସଭ୍ୟ । ସେ ୨୦୦୪ ମସିହାରେ ଆଇ ଲଭ ୟୁ ଚଳଚ୍ଚିତ୍ରରୁ ଅଭିନେତା ଜିବନ ଅରମ୍ଭ କରିଥିଲେ । ସେ ସାଥି ଅମର୍ କଥାଚିତ୍ର ମଧ୍ୟମରେ ବଙ୍ଗାଳି ଚଳଚ୍ଚିତ୍ରରେ ଅଭିନେତା ଜିବନ ଆରମ୍ଭ କରିଥିଲେ । ୨୦୧୯ ଭାରତୀୟ ସାଧାରଣ ନିର୍ବାଚନରେ ସେ କେନ୍ଦ୍ରାପଡ଼ା ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ନିକଟତମ ପ୍ରତିଦ୍ୱନ୍ଦୀ ବୈଜୟନ୍ତ ପଣ୍ଡାଙ୍କୁ ହରାଇ ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିଲେ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଫେଣ୍ଟାନିଲ (ଇଂରାଜୀ ଭାଷାରେ Fentanyl, also spelled fentanil) ଏକ ଓପିଅଏଡ ଔଷଧ ଯାହା ଯନ୍ତ୍ରଣା ନିବାରକ ଔଷଧ (pain medication) ଭାବରେ ଓ ନିଶ୍ଚେତକ (anesthesia) ଦେବା ସମୟରେ ବ୍ୟବହୃତ ହୁଏ । ବେନିୟମ ଭାବରେ ଫେଣ୍ଟାନିଲ ମଧ୍ୟ ତିଆରି ହୋଇ ଆମୋଦ ଦାୟକ ଔଷଧ (recreational drug) ଭାବରେ ହିରୋଇନ (heroin) ବା କୋକେନ (cocaine) ସାଥୀରେ ବ୍ୟବହାର କରାଯାଏ । ଏହାର ପ୍ରଭାବ ଶୀଘ୍ର ଆରମ୍ଭ ହୋଇ ୧/୨ ଘଣ୍ଟା ପର୍ଯ୍ୟନ୍ତ ରହେ । ଏହି ଔଷଧ ପାଟିରେ, ଇଞ୍ଜେକସନ (injection) ଆକାରରେ ଚର୍ମରେ (patch on the skin) ବା ନାକ ସ୍ପ୍ରେ (nasal spray) ଆକାରରେ ଦିଆଯାଏ । ପାର୍ଶ୍ୱ ପ୍ରତିକ୍ରିୟାରେ ବାନ୍ତି (vomiting), କୋଷ୍ଠକାଠିନ୍ୟ, ଦ୍ୱନ୍ଦ୍ୱ, ହାଲୁସିନେସନ (hallucinations), ପ୍ରଶାନ୍ତି ଓ ଦୁର୍ବଳ ନିୟନ୍ତ୍ରଣ ଯୋଗୁ ଆଘାତ ପାଇବା ଆଦି ହୋଇପାରେ । ସାଂଘାତିକ ପାର୍ଶ୍ୱ ପ୍ରତିକ୍ରିୟାରେ ସ୍ୱଳ୍ପ ଶ୍ୱାସକ୍ରିୟା (decreased breathing), ସେରୋଟୋନିନ ସିଣ୍ଡ୍ରୋମ (serotonin syndrome), ନିମ୍ନ ରକ୍ତଚାପ (low blood pressure), ନିଶାଗ୍ରସ୍ତ ଓ କୋମା (coma) ହୋଇପାରେ । ସନ ୨୦୧୬ରେ ଯୁକ୍ତରାଷ୍ଟ୍ର ଆମେରିକାରେ ମାତ୍ରାଧିକ ଫେଣ୍ଟାନିଲ ଓ ଫେଣ୍ଟାନିଲ ଅନାଲଗ (fentanyl analogues) ସେବନ ଯୋଗୁ ୨୦,୦୦୦ ଲୋକ ମୃତ୍ୟୁ ବରଣ କରିଥିଲେ । ଓପିଅଏଡ (μ-opioid) ରିସେପ୍ଟରକୁ ଉତ୍ତେଜିତ କରି ଫେଣ୍ଟାନିଲ କାର୍ଯ୍ୟକ୍ଷମ ହୁଏ । ମର୍ଫିନ ଅପେକ୍ଷା ଫେଣ୍ଟାନିଲ ୧୦୦ ଗୁଣ ଓ କାର୍ଫେଣ୍ଟାନିଲ (carfentanil) ୧୦,୦୦୦ ଗୁଣ ଶକ୍ତିଶାଳୀ ।
ଉପକ୍ରମ: ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣାଶୁଣା) । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ସମଗ୍ର ଭାରତବର୍ଷରେ ଦେବତାମାନଙ୍କ ନିମନ୍ତେ ଯେତେ ପ୍ରକାରର ରଥ ବ୍ୟବହାରରେ ଆସୁଛି, ତାହା ମଧ୍ୟରେ ଶ୍ରୀକ୍ଷେତ୍ରର ତିନି ରଥ ନିର୍ମାଣ ଶୈଳୀ ଅତୀବ ରହସ୍ୟମୟ । ବହୁ ପ୍ରାଚୀନ ସମୟରୁ ରଥତ୍ରୟର ନିର୍ମାଣ ପଦ୍ଧତି ଶିଳ୍ପଶାସ୍ତ୍ରାନୁମୋଦିତ । ପ୍ରତ୍ୟେକ ପର୍ଷ ପରମ୍ପରା ଅନୁଯାୟୀ ଶ୍ରୀନଅର ସମ୍ମୁଖସ୍ଥ ରଥ ଖଳାରେ ନୂତନ ଭାବେ ତୋନୋଟି ରଥର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥାଏ। ଏ ସମ୍ପର୍କିତ ବିଭିନ୍ନ କାର୍ଯ୍ୟ ରାଜ୍ୟ ତଥା ଜିଲ୍ଲା ପ୍ରଶାସନ, ବିଧି ବିଭାଗ, ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ ଓ ପୌର ପ୍ରଶାସନଦ୍ୱାରା ମିଳିତ ଭାବେ ସମ୍ପାଦିତ ହୋଇଥାଏ। ଶ୍ରୀମନ୍ଦିରର ତିନି ଠାକୁରଙ୍କ ପାଇଁ ତିନୋଟି ଭିନ୍ନ ଭିନ୍ନ ରଥର ବ୍ୟବସ୍ଥା ରହି ଆସିଛି । ସାମ୍ୟ ଓ ମୈତ୍ରୀର ପ୍ରତୀକ ଶ୍ରୀଜଗନ୍ନାଥ ମହାପ୍ରଭୁ ଯେଉଁ ରଥରେ ବିରାଜମାନ କରି ଶ୍ରୀଗୁଣ୍ଡିଚା ମନ୍ଦିରକୁ ନବ ଦିନ ଯାତ୍ରା କରନ୍ତି, ସେ ରଥର ନାମ ନନ୍ଦିଘୋଷ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ୱତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହାଦ୍ୱାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ୱ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।
ସୁଦର୍ଶନ ଜେନା ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ବିଜୁ ଜନତା ଦଳର ଜଣେ କର୍ମକର୍ତ୍ତା ଭାବରେ ଓଡ଼ିଶା ରାଜନୀତିରେ ସକ୍ରିୟ ଅଛନ୍ତି । ଓଡ଼ିଶା ବିଧାନ ସଭାରେ ସେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୨୦୦୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବିଜୁ ଜନତା ଦଳର ପ୍ରାର୍ଥୀ ଭାବରେ ରେମୁଣା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି lଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ୱବିଦ୍ୟାଳୟରୁ ଏଲ.ଏଲ.ଏମ.
ଉପକ୍ରମ: ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣାଶୁଣା) । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ଏହା ଶ୍ରୀମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରା ମଧ୍ୟରେ ପ୍ରଧାନ । ସମଗ୍ର ଭାରତବର୍ଷରେ ଦେବତାମାନଙ୍କ ନିମନ୍ତେ ଯେତେ ପ୍ରକାରର ରଥ ବ୍ୟବହାରରେ ଆସୁଛି, ତାହା ମଧ୍ୟରେ ଶ୍ରୀକ୍ଷେତ୍ରର ତିନି ରଥ ନିର୍ମାଣ ଶୈଳୀ ଅତୀବ ରହସ୍ୟମୟ । ବହୁ ପ୍ରାଚୀନ ସମୟରୁ ରଥତ୍ରୟର ନିର୍ମାଣ ପଦ୍ଧତି ଶିଳ୍ପଶାସ୍ତ୍ରାନୁମୋଦିତ । ପ୍ରତ୍ୟେକ ବର୍ଷ ପରମ୍ପରା ଅନୁଯାୟୀ ଶ୍ରୀନଅର ସମ୍ମୁଖସ୍ଥ ରଥ ଖଳାରେ ନୂତନ ଭାବେ ତୋନୋଟି ରଥର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥାଏ। ଏ ସମ୍ପର୍କିତ ବିଭିନ୍ନ କାର୍ଯ୍ୟ ରାଜ୍ୟ ତଥା ଜିଲ୍ଲା ପ୍ରଶାସନ, ବିଧି ବିଭାଗ, ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ ଓ ପୌର ପ୍ରଶାସନଦ୍ୱାରା ମିଳିତ ଭାବେ ସମ୍ପାଦିତ ହୋଇଥାଏ। ଶ୍ରୀମନ୍ଦିରର ତିନି ଠାକୁରଙ୍କ ପାଇଁ ତିନୋଟି ଭିନ୍ନ ଭିନ୍ନ ରଥର ବ୍ୟବସ୍ଥା ରହି ଆସିଛି । ସାମ୍ୟ ଓ ମୈତ୍ରୀର ପ୍ରତୀକ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଭଉଣୀ ମାଁ ସୁଭଦ୍ରା ଯେଉଁ ରଥରେ ବିରାଜମାନ କରି ଶ୍ରୀଗୁଣ୍ଡିଚା ମନ୍ଦିରକୁ ନବ ଦିନ ଯାତ୍ରା କରନ୍ତି, ସେ ରଥର ନାମ ଦେବଦଳନ।
ଗୋଟିଏ ସ୍ୱାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ୱାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ୱ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ଏହି ବିଜ୍ଞାନ ଯୁଗରେ ପରିସଂଖ୍ୟାନର ବ୍ୟବହାର ବହୁ କ୍ଷେତ୍ରରେ ଦେଖାଯାଏ । କୃଷି, ଶିଳ୍ପ, ସ୍ୱାସ୍ଥ୍ୟ, ଶିକ୍ଷା, ଶାସନ ଆଦି କ୍ଷେତ୍ରରେ ପରିସଂଖ୍ୟାନ ବିନା କୌଣସି ନିର୍ଦ୍ଧିଷ୍ଟ ସିଦ୍ଧାନ୍ତରେ ପହଞ୍ଚିବା ସମ୍ଭବ ନୁହେଁ । ପରିସଂଖ୍ୟାନର ଇଂରାଜୀ ପ୍ରତିଶବ୍ଦ ହେଉଛି Statistics ଏବଂ ଏହି ଶବ୍ଦ ଲାଟିନ୍ ଶବ୍ଦ Status ଅଥବା ଇଟାଲୀୟ ଶବ୍ଦ Statistaରୁ ଉଦ୍ଭବ ବୋଲି ମନେହୁଏ । ଏହି ଦୁଇ ଶବ୍ଦର ଅର୍ଥ ହେଉଛି 'ରାଜନୈତିକ ଅବସ୍ଥା' ।
ପ୍ରମିଳା ମଲ୍ଲିକ (ଜନ୍ମ: ୪ ମାର୍ଚ୍ଚ ୧୯୬୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ୧୯୯୦ ମସିହାରେ ସେ ଓଡ଼ିଶା ବିଧାନ ସଭାର ୧୦ମ ସଭାକୁ ଜନତା ଦଳର ପ୍ରତିନିଧି ଭାବରେ ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ପ୍ରଥମ ଥର ପାଇଁ ନିର୍ବାଚିତ ହୋଇଥିଲେ । ପରବର୍ତ୍ତୀ ସମୟରେ ସେ ପୁଣିଥରେ ୨୦୦୦ ମସିହା ଓଡ଼ିଶା ସାଧାରଣ ନିର୍ବାଚନରେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ସେହି ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ଏହାପରେ ସେ ଲଗାତାର ୨୦୦୪ ମସିହାରେ ୧୩ଶ, ୨୦୦୯ ମସିହାରେ ୧୪ଶ ଏବଂ ୨୦୧୪ ମିସିହାରେ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ପ୍ରମିଳା ପ୍ରଥମଥର ପାଇଁ ୨୦୦୪ ମସିହାରେ ୧୩ଶ ଓଡ଼ିଶା ବିଧାନ ସଭାର ମନ୍ତ୍ରୀମଣ୍ଡଳରେ ମନ୍ତ୍ରୀ ହୋଇଥିଲେ । ସେ ମହିଳା ଓ ଶିଶୁ ବିକାଶ ବିଭାଗର ମନ୍ତ୍ରୀ ଥିଲେ ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ୱାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ୱାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ୱର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ୱର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ୱାରା ପରିଚାଳିତ ହେଉଛି । ବାମାପଦ ତ୍ରିପାଠୀ ଏବେ ସମାଜର ସମ୍ପାଦକ ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ହରିହର ମିଶ୍ର (ଜନ୍ମ: ୨୦ ଜାନୁଆରୀ ୧୯୪୦(1940-01-20)) ଏକାଧାରରେ ଜଣେ କବି, ଗାଳ୍ପିକ, ଅନୁବାଦକ ଓ ନାଟ୍ୟକାର । ସେ ୧୯୪୦ ମସିହା ଜାନୁଆରୀ ୨୦ତାରିଖରେ ପୁରୀର ମାର୍କଣ୍ଡେଶ୍ୱର ସାହିରେ ଜନ୍ମଗ୍ରହଣ କରିଥିଲେ । ଅଧ୍ୟାପନା ବୃତ୍ତିରେ ଥାଇ ସେ ସାହିତ୍ୟ ସର୍ଜନା ସହିତ ବେତାର ନାଟକରେ ଅଭିନୟ ମଧ୍ୟ କରିଛନ୍ତି । ୨୦୧୬ମସିହାରେ, ସେ ଓଡ଼ିଶା ସାହିତ୍ୟ ଏକାଡେମିର ୩୧ତମ ସଭାପତି ଭାବରେ ନିଯୁକ୍ତ ହୋଇଥିଲେ ।
କେଦାରନାଥ, ଉତ୍ତରାଖଣ୍ଡ ରାଜ୍ୟର ପ୍ରମୂଖ ସହର ତଥା ଏକ ଧାର୍ମିକ ଯାତ୍ରାଧାମ । ଏହା ପ୍ରମୁଖ ଚାରଧାମ ମଧ୍ୟରୁ ଗୋଟିଏ ଧାମ । ଏଠାକୁ ପହଞ୍ଚିବାକୁ କୌଣସି ସଡକ ସୁବିଧା କିମ୍ବା ରେଳରାସ୍ତା ନାହିଁ । ୧୪କି ମି ଦୁର୍ଗମ ରାସ୍ତା ଚାଲିବାକୁ ପଡ଼ିଥାଏ । ଶୀତ ଛଅ ମାସ ଏହି ମନ୍ଦିର ବନ୍ଦ ରୁହେ ଓ ଭଗବାନ ଶିବଙ୍କୁ (କେଦାରନାଥ) ଉଖି ମଠରେ ପୂଜା କରାଯାଇଥାଏ । ପ୍ରତିବର୍ଷ ଅକ୍ଷୟ ତୃତୀୟାରେ ଭଗବାନଙ୍କୁ ଉଖି ମଠରୁ କେଦାରନାଥ ଅଣାଯାଇଥାଏ । ସେହିଦିନ କେଦାରନାଥ ମନ୍ଦିର ଖୋଲେ ଏବଂ ଗ୍ରୀଷ୍ମ ଛଅ ମାସ ଭଗବାନ ସେଠାରେ ପୂଜା ପାଇଥାନ୍ତି । ଉଖି ମଠ ରୁଦ୍ରପ୍ରୟାଗରୁ ୪୧ କି ମି ଦୂରରେ ଅବସ୍ଥିତ ।
ବୋବାଲ ଟୋକା, ୨୦୧୯ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ପ୍ରକାଶ ଶ୍ରୀଚନ୍ଦନ ଓ ସୁଧାକର ବସନ୍ତ । ଦିଲୀପ ଶ୍ରୀଚନ୍ଦନ ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ । କଥାଚିତ୍ରଟିର ସଂଳାପ ରଚନା କରିଥିଲେ ସାରିକା ସ୍ୱାଇଁ । ସୁଧାକର ବସନ୍ତ ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।ପ୍ରଦୀପ ଦତ୍ତ ଓ ତପସ୍ୟା ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ।
ହିରୋଇନ (ଇଂରାଜୀ ଭାଷାରେ Heroin ଅନ୍ୟ ନାମ diamorphine, ଏକ ଓପିଅଏଡ (opioid) ଯାହା ଏକ ଆନନ୍ଦବର୍ଦ୍ଧକ ଗୁଣ ଯୋଗୁ ଏକ ମନୋରଞ୍ଜନକାରୀ ଔଷଧ (recreational drug) ରୂପେ ବ୍ୟବହାର କରାଯାଏ । ଡାକ୍ତରୀ ଚିକିତ୍ସାରେ ଏହା ଏକ କଷ୍ଟ ନିବାରକ ଔଷଧ ଓ ଦୀର୍ଘକାଳୀନ ଓପିଅଏଡ ପ୍ରତିସ୍ଥାପନ ଥେରାପିରେ କାଉନସେଲିଙ୍ଗ ସହିତ ବ୍ୟବହାରକାରୀଙ୍କୁ ରକ୍ଷଣାବେକ୍ଷଣ ବା ମେଣ୍ଟେନାନ୍ସ ନିମନ୍ତେ ଦିଆଯାଏ । ହିରୋଇନ ଶିରାଭ୍ୟନ୍ତରରେ (injection into a vein) ଦିଆଯାଏ କିନ୍ତୁ ଏହାର ଧୂମ୍ର ପାନ କରିହୁଏ ବା ଏହାକୁ ଆଘ୍ରାଣ କରିହୁଏ । ଏହା ପ୍ରଭାବ ତୁରନ୍ତ ଆରମ୍ଭ ହୁଏ ଓ କିଛି ଘଣ୍ଟା ପର୍ଯ୍ୟନ୍ତ ରହେ ।ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟା ମଧ୍ୟରେ ଶ୍ୱାସକ୍ରିୟା କମିଯାଏ ଓ ହିରୋଇନ ନେଉଥିବା ଲୋକଙ୍କ ମଧ୍ୟରୁ ଏକ ଚତୁର୍ଥାଂଶ ଲୋକ ନିର୍ଭରଶୀଳ (physically dependent) ହୋଇଯାଆନ୍ତି । ଅନ୍ୟାନ୍ୟ ପାର୍ଶ୍ୱ ପ୍ରତିକ୍ରିୟା ମଧ୍ୟରେ ପୂଜ ଜମିବା, ଏଣ୍ଡୋକାର୍ଡ଼ାଇଟିସ (infected heart valves), ରକ୍ତବାହୀ ସଂକ୍ରମଣ, କୋଷ୍ଠକାଠିନ୍ୟ ଓ ନିମୋନିଆ ମୂଖ୍ୟତଃ ଦେଖାଯାଏ । ଦୀର୍ଘକାଳୀନ ବ୍ୟବହାରର ଇତିହାସ ଥିଲେ ବ୍ୟବହାର ବନ୍ଦ କରିବାର କିଛି ଘଣ୍ଟା ମଧ୍ୟରେ ପ୍ରତ୍ୟାହାର ଲକ୍ଷଣ ବାହାରିବା ଆରମ୍ଭ ହୋଇଯାଏ । ଶିରାଭ୍ୟନ୍ତର ସଂଚାଳନ ପରେ ସମତୁଲ ମାତ୍ରାର ମର୍ଫିନ ଅପେକ୍ଷା ହିରୋଇନର ପ୍ରଭାବ ୨ରୁ ୩ଗୁଣ ଅଧିକ ହୁଏ । ଧଳା ବା ମାଟିଆ ରଙ୍ଗର ପାଉଡର ଆକାରରେ ହିରୋଇନ ମିଳେ । ହିରୋଇନ ଚିକିତ୍ସାରେ ନିଶା ଚିକିତ୍ସା (heroin addiction) ସହିତ ବ୍ୟବହାରିକ ଥେରାପି (behavioral therapy) ଓ ଔଷଧ ଦିଆଯାଏ । ଏଥିରେ ମେଥାଡନ ବା ନାଲଟ୍ରେକ୍ସନ (naltrexone) ଔଷଧ ବ୍ୟବହାର କରାଯାଏ । ହିରୋଇନ ଅଧିକ ମାତ୍ରା ହୋଇଥିଲେ ନାଲୋକ୍ସୋନ (naloxone) ଦେଇ ଚିକିତ୍ସା କରାଯାଏ । ହିସାବ ଅନୁସାରେ ପ୍ରାୟ ୧୭ ନିୟୁତ ଲୋକ ଅଧୁନା ହିରୋଇନ ସେବନ କରୁଛନ୍ତି ଓ ଏତଦ୍ୱାରା ସନ ୨୦୧୫ରେ ୧୨୨,୦୦୦ମୃତ୍ୟୁ ହୋଇଛି । ଯୁକ୍ତରାଷ୍ଟ୍ର ଆମେରିକାର ୧.୬% ଲୋକ କୌଣସି ସମୟରେ ହିରୋଇନ ସେବନ କରୁଛନ୍ତି । ଔଷଧ ସମ୍ପର୍କୀୟ ମୃତ୍ୟୁ ମଧ୍ୟରେ ଓପିଅଏଡ ସର୍ବାଧିକ ସାଧାରଣ କାରଣ ହୋଇଛି ।ସନ ୧୮୭୪ରେ ଚାର୍ଲସ ରୋମଲେ ଆଲଡର ରାଇଟ ପ୍ରଥମେ ପାପାଭର ସୋମ୍ନିଫେରମର (opium poppy) ପ୍ରାକୃତିକ ଉପାଦାନ ମର୍ଫିନରୁ ହିରୋଇନ ପ୍ରସ୍ତୁତ କରିଥିଲେ । ଆନ୍ତର୍ଜାତୀୟ କ୍ଷେତ୍ରରେ ହିରୋଇନ ଏକ ନିୟନ୍ତ୍ରିତ ଔଷଧ । ଏହାର ତିଆରି, ବିନା ଲାଇସେନ୍ସରେ ବିକ୍ରୟ ବେଆଇନ (illegal) । ସନ ୨୦୧୫ରେ ପୃଥିବୀରେ ଉତ୍ପାଦିତ ସମୁଦାୟ ଅଫିମର ୬୬% କେବଳ ଆଫଗାନିସ୍ଥାନ ଦେଶରେ ପ୍ରସ୍ତୁତ ହୋଇଥିଲା । ଅନେକ ସମୟରେ ବେଆଇନ ଭାବରେ ବିକ୍ରୟ କରାଯାଉଥିବା ହିରୋଇନ ସହିତ ଚିନି ବା ସ୍ଟ୍ରିକନିନ (strychnine) ମଶ୍ରିତ କରାଯାଏ ।
ସୁକାନ୍ତ କୁମାର ନାୟକ ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ବିଜୁ ଜନତା ଦଳର ଜଣେ କର୍ମକର୍ତ୍ତା ଭାବରେ ଓଡ଼ିଶା ରାଜନୀତିରେ ସକ୍ରିୟ ଅଛନ୍ତି । ଓଡ଼ିଶା ବିଧାନ ସଭାରେ ସେ ଜଣେ ବିଧାୟକ ଥିଲେ । ୨୦୧୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବିଜୁ ଜନତା ଦଳର ପ୍ରାର୍ଥୀ ଭାବରେ ନୀଳଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ଭଗବାନ ବିଷ୍ଣୁଙ୍କର ଦଶାବତାର କଥା ଶୁଣିଲେ ଓ ଓଡ଼ିଶୀ ନାଚର ଦଶ ଅବତାର ଭଙ୍ଗୀ ଦେଖିଲେ ବୁଝାପଡ଼େ ମଣିଷ କିପରି ଏ ପୃଥିବୀକୁ ଆସିଲା । ବିବର୍ତ୍ତନବାଦୀମାନେ କହନ୍ତି, ପୃଥିବୀଟା ବହୁ ପୁରାକାଳରେ ଖାଲି ବାଷ୍ପମୟ ଥିଲା । କ୍ରମେ କ୍ରମେ ସେ ବାଷ୍ପରାଶି ଶୀତଳ ହୋଇଯାଇ ନାନାପ୍ରକାର ପଦାର୍ଥ ଓ ରାସାୟନିକ ଦ୍ରବ୍ୟରେ ପରିଣତ ହେଲା । ପାଣି ମଧ୍ୟ ତିଆରି ହେଲା । ସେ ପାଣିରେ ପ୍ରଥମେ ଛୋଟ ଛୋଟ ଜୀବ ଉତ୍ପନ୍ନ ହେଲେ । ସେ ଛୋଟ ଛୋଟ ଜୀବ ନାନା ଘାତ ପ୍ରତିଘାତ ମଧ୍ୟରେ ଯାଇ ଆସ୍ତେ ଆସ୍ତେ ଉନ୍ନତ ଧରଣର ହେଲେ । ପରେ ମାଛମାନଙ୍କର ଆବିର୍ଭାବ ହେଲା । ସେ ମାଛମାନେ କ୍ରମେ କ୍ରମେ ଜଳରୁ ସ୍ଥଳଭାଗକୁ ଆସିଲେ । ତା ପରେ ନାନା ପ୍ରକାର ସରୀସୃପ ବା ସାପ ଜାତୀୟ ଓ ବେଙ୍ଗ ଜାତୀୟ ଜୀବ ସୃଷ୍ଟି ହେଲେ । ସେଥିରୁ କ୍ରମେ କ୍ରମେ ନାନା ପ୍ରକାର ଡାଇନୋସର ଓ ଅନ୍ୟାନ୍ୟ ପ୍ରକାରର ଜୀବ ସୃଷ୍ଟି ହୋଇ ଶେଷରେ ମାଙ୍କଡମାନଙ୍କର ଆବିର୍ଭାବ ହେଲା । ଏସବୁ ହେବାକୁ କୋଟି କୋଟି ବର୍ଷ ଲାଗିଥିଲା ବୋଲି ବୈଜ୍ଞାନିକମାନେ କହନ୍ତି । ତା ପରେ ଆସିଲା ମଣିଷ ।