ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ସୁଇଜରଲ୍ୟାଣ୍ଡ / ସ୍ୱିଜରଲ୍ୟାଣ୍ଡ ବା ସ୍ୱିସ୍ ସଂଘରାଜ୍ୟ ଇଉରୋପର ଏକ ସଂଘୀୟ ଗଣତାନ୍ତ୍ରିକ ଦେଶ । ସ୍ୱିଜରଲ୍ୟାଣ୍ଡ ଦେଶ ୨୬ଟି ସଂଘରାଜ୍ୟ ବା କ୍ୟାଣ୍ଟନରେ ବିଭକ୍ତ ଓ ବର୍ନ୍ (ଈଂରାଜୀରେ Bern) ଏହି ଦେଶର ରାଜଧାନୀ । ପଶ୍ଚିମ ଇଉରୋପର କେନ୍ଦ୍ରରେ ସ୍ୱିଜରଲ୍ୟାଣ୍ଡ ଅବସ୍ଥିତ । ସ୍ୱିଜରଲ୍ୟାଣ୍ଡକୁ ଦକ୍ଷିଣ ପଟେ ଇଟାଲି, ପଶ୍ଚିମ ପଟେ ଫ୍ରାଂସ୍, ଉତ୍ତର ପଟେ ଜର୍ମାନୀ ଓ ପୂର୍ବପଟେ ଅଷ୍ଟ୍ରିଆ ଏବଂ ଲିଖଟେନଷ୍ଟାଇନ୍ ଘେରି ରହିଛନ୍ତି । ଚାରିପଟୁ ସ୍ଥଳଭାଗଦ୍ୱାରା ପରିବେଷ୍ଟ ଏହି ଦେଶର କ୍ଷେତ୍ରଫଳ ପ୍ରାୟ ୪୧୨୮୫ ବର୍ଗ କିଲୋମିଟର୍ (୧୫୯୪୦ ବର୍ଗ ମାଇଲ୍) । ଭୌଗୋଳିକ ଦୃଷ୍ଟିକୋଣରୁ ଏହାର ଭୂଭାଗ ଆଲ୍ପସ୍ ପର୍ବତଶ୍ରେଣୀ, ସ୍ୱିସ୍ ଉଚ୍ଚ-ସମଭୂମି ଓ ଜୁରା ପର୍ବତାଞ୍ଚଳଦ୍ୱାରା ଶୋଭିତ । ଆଲ୍ପସ୍ ପର୍ବତଶ୍ରେଣୀ ଏହି ଦେଶର ଅଧିକାଂଶ ଭାଗ ଅଧିକାର କରିଥିବା ବେଳେ ଏହାର ଉଚ୍ଚ ସମତଳ ଭୂମିରେ ପ୍ରାୟ ୮୦ ଲକ୍ଷ ସ୍ୱିସ୍ (ଈଂରାଜୀରେ Swiss) ନାଗରିକ ବସବାସ କରିଥାନ୍ତି । ଏହି ଉଚ୍ଚ ସମତଳ ଭୂମିରେ ଅନେକ ପ୍ରମୁଖ ନଗର ଗଢ଼ି ଉଠିଛି । ବିଶ୍ୱ ଅର୍ଥନୀତିର ପ୍ରମୁଖ କେନ୍ଦ୍ର ଭାବେ ପରିଗଣିତ ଜୁରିକ୍ ଓ ଜେନିଭା ତନ୍ମଧ୍ୟରୁ ଅନ୍ୟତମ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ସଲିଲ୍ ମିତ୍ର (୭ ଅପ୍ରେଲ ୧୯୬୭ - ୪ ଜୁନ ୨୦୧୯) ଜଣେ ଓଡ଼ିଆ ହାସ୍ୟ ଅଭିନେତା ଥିଲେ । ସେ ଓଡ଼ିଆ କଥାଚିତ୍ର ସମେତ ଓଡ଼ିଆ ଦୂରଦର୍ଶନ ଓ ବିଭିନ୍ନ ମଞ୍ଚରେ ଅଭିନୟ କରୁଥିଲେ । କରଞ୍ଜିଆ, ମୟୂରଭଞ୍ଜରେ ଜନ୍ମିତ ସଲିଲ ୧୯୯୯ ମସିହାରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ ଏବଂ ପରବର୍ତ୍ତୀ ସମୟରେ ବିଭିନ୍ନ କଥାଚିତ୍ର, ଧାରାବାହିକ, ଆଧୁନିକ ଗୀତ, ଭଜନ, ନାଟକ ଆଦିରେ ଅଭିନୟ କରିଥିଲେ । ଇ ଟିଭି ଓଡ଼ିଆରେ ପ୍ରସାରିତ ବଡ଼ ଘର ବଡ଼ ଗୁମର କଥା ଭଳି କିଛି ଧାରାବାହିକରେ ସେ ଖଳନାୟକ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ । ୧୨ ମଇ ୨୦୧୯ରେ ସେ ଏକ ଦୁର୍ଘଟଣାର ଶିକାର ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ ଏବଂ ୪ ଜୁନ ୨୦୧୯ରେ ସେ ମୃତ୍ୟୁବରଣ କରିଥିଲେ ।
ଏତଲା ବା F.I.R.(First Information Report) ଏକ ଲିଖିତ ନଥି ଯାହା ଅପରାଧର ସୂଚନା ଭାବେ ପୋଲିସକୁ ଦିଆଯାଇଥାଏ । ସାଧାରଣତଃ କେବଳ ଧର୍ତ୍ତବ୍ୟ ଅପରାଧର ସୂଚନାକୁ ହିଁ ଏତଲା ରୂପେ ଗ୍ରହଣ କରାଯାଏ । ଧର୍ତ୍ତବ୍ୟ ଅପରାଧର ଅର୍ଥ ଏହି ଅପରାଧର ତଦନ୍ତ ପାଇଁ ପୋଲିସକୁ ମାଜିଷ୍ଟ୍ରେଟଙ୍କ ପୂର୍ବ ଅନୁମତିର ଆବଶ୍ୟକତା ନଥାଏ । ଫୌଜଦାରୀ ପ୍ରକ୍ରିୟା ସଂହିତାର ଧାରା ୧୫୪ ରେ ଏତଲା ସମ୍ପର୍କିତ ଆଇନ ରହିଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ .
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ସୁକାନ୍ତ କୁମାର ନାୟକ ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ବିଜୁ ଜନତା ଦଳରର ଜଣେ କର୍ମକର୍ତ୍ତା ଭାବରେ ଓଡ଼ିଶା ରାଜନିତିରେ ସକ୍ରିୟ ଅଛନ୍ତି । ଓଡ଼ିଶା ବିଧାନ ସଭାର ସେ ଜଣେ ବିଧାୟକ କାର୍ଯ୍ୟ କରିଥିଲେ । ୨୦୧୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଭାବରେ ନୀଳଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ୱାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ୱାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ଭାରତ ହେଉଛି, ୨୦୧୯ ମସିହାରେ ହିନ୍ଦୀ ଭାଷାରେ ମୁକ୍ତିଲାଭ କରିଥିବା ଏକ ଚଳଚିତ୍ର । ଏହି ଚଳଚିତ୍ରଟିର ଲେଖକ ଏବଂ ନିର୍ଦେଶକ ହେଉଛନ୍ତି ଅଲି ଆଵାଜ ଜଫର । ଏହାର ମୁଖ୍ୟ ଭୂମିକାରେ ଅଛନ୍ତି, ସଲମାନ ଖାଁ, କଟ୍ରୀନା ଖଏଫ, ଦିଶା ପଟାନି, ତବୁ ଏବଂ ଜ୍ୟାକି ସରଫ । ଭାରତ ବର୍ଷର ସ୍ୱାଧୀନତା ପରର ଅବସ୍ଥାକୁ, ଜଣେ ସାମାନ୍ୟ ଲୋକର ଦୃଷ୍ଟିକୋଣରୁ ଦର୍ଶାଇବା ପାଇଁ ଏହି ଚଳଚିତ୍ରଟିରେ ଚେଷ୍ଠା କରାଯାଇ ଅଛି ।
ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ (ଜନ୍ମ: ୪ ଜାନୁଆରୀ ୧୯୫୫) ହେଉଛନ୍ତି, ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିସାରିଛନ୍ତି ଏବଂ ଅଧୁନା ଭାରତୀୟ ସଂସଦର ତଳ ସଦନ ଲୋକ ସଭାରେ ଜଣେ ସାଂସଦ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୦୪ ଓ ୨୦୦୯ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ନୀଳଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୩ଶ ଓ ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ୨୦୧୯ ଭାରତୀୟ ସାଧାରଣ ନିର୍ବାଚନରେ ସେ ବାଲେଶ୍ୱର ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ୧୭ଶ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ । ସେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳରେ ଜଣେ ରାଷ୍ଟ୍ରମନ୍ତ୍ରୀ ଭାବରେ, "ଲଘୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ" ଏବଂ "ଦୁଗ୍ଧ, ପଶୁପାଳନ ଓ ମତ୍ସ୍ୟପାଳନ" ମନ୍ତ୍ରାଳୟର ଦାୟିତ୍ୱ ସମ୍ଭାଳିଛନ୍ତି ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
ଟୁଇଟର ( /ˈtwɪtər/) ଏକ ଅନଲାଇନ୍ ସୋସିଆଲ୍ ନେଟୱାର୍କିଙ୍ଗ୍ ସେବା ଯାହା ବ୍ୟବହାରକାରୀଙ୍କୁ ପରଷ୍ପର ସହ ୧୪୦-ଅକ୍ଷର ବିଶିଷ୍ଟ ସନ୍ଦେଶ ପଠାଇବାରେ ସାହାଯ୍ୟ କାରିଥାଏ । ଏହି ସନ୍ଦେଶ ଗୁଡିକୁ "ଟୁଇଟ୍" ବୋଲି କୁହାଯାଏ । ଏଥିରେ ପଞ୍ଜିକୃତ ହୋଇଥିବା ବ୍ୟକ୍ତି ମନେ ଟୁଇଟ୍ କରିପରିବେ ଏବଂ ନୁଆ ଟୁଇଟ୍ ପଢିପରିବେ । ପଞ୍ଜିକୃତ ହୋଇନଥିବା ବ୍ୟକ୍ତି ମନେ କେବଳ ନୁଆ ଟୁଇଟ୍ ପଢିପରିବେ । ଅଜିକାଲି ଲୋକମାନେ ମୋବାଇଲ୍, SMS କିମ୍ବା Web Interface ମଧ୍ୟମରେ ଟୁଇଟ୍ କରିପରୁଛନ୍ତି ଏବଂ ପଢିପରୁଛନ୍ତି । Twitter Inc.
ଅଂଶୁଘାତ ( ଇଂରାଜୀ ଭାଷାରେ Heat stroke, also known as sun stroke) ଏକ ଉତ୍ତାପ ଜନିତ ବେମାରୀ (heat illness) ଯାହା ଅତ୍ୟଧିକ ଉତ୍ତାପ ଯୋଗୁ ହୁଏ ଓ ଏଥିରେ ଦେହର ଉତ୍ତାପ ୪୦.୦ ସେଲସିୟସରୁ ଅଧିକ ଥାଏ ଓ ମାନସିକ ଦ୍ୱନ୍ଦ୍ୱ ହୁଏ । ଅନ୍ୟାନ୍ୟ ଲକ୍ଷଣ ମଧ୍ୟରେ ଉଚ୍ଚ ରକ୍ତଚାପ ,(high blod pressure) ଶୁଷ୍କ ଲାଲ ଓ ଓଦା ଚମ, ମୁଣ୍ଡବଥା, ଦ୍ୱନ୍ଦ୍ୱ ଓ ମୁଣ୍ଡ ଓଜନିଆ ଆଦି ଦେଖାଯାଏ । ଏହା ହଠାତ୍ ବା ଧୀରେ ଆରମ୍ଭ ହୋଇପାରେ । ଅଧିକ ଜଟିଳ ହେଲେ ଅପସ୍ମାର ବାତ Seizures, ରାବଡୋମାୟୋଲାଇସିସ, ବୃକ୍କ ଫେଲ (kidney failure) ଆଦି ଲକ୍ଷଣମାନ ଦେଖାଯାଏ ।ଅତ୍ୟଧିକ ବାହ୍ୟ ଉତ୍ତାପ ଓ ଅଧିକ ଶାରୀରିକ ପରିଶ୍ରମ (physical exertion) ଯୋଗୁ ଏହି ରୋଗ ହୁଏ । ଅତି ଛୋଟ ଓ ଅତି ବୟସ୍କ ବ୍ୟକ୍ତି, ଉତ୍ତାପ ଢେଉ (heat waves), ଅତ୍ୟଧିକ ଆର୍ଦ୍ରତା (humidity), କେତେକ ଔଷଧ, ହୃଦ୍ରୋଗ, ଚର୍ମ ରୋଗ ଯୋଗୁ ଏହି ସଙ୍କଟ ସୃଷ୍ଟି ହୁଏ । ସାରୀରିକ ପରିଶ୍ରମ ନଥାଇ ହେଉଥିବାଅ ରୋଗ ସାଧାରଣତଃ ଅତି ଛହୋଟ ବା ଅତି ବୃଦ୍ଧ ଅବସ୍ଥାରେ ହୁଏ । ଲକ୍ଷଣ ଅନୁଯାୟୀ ରୋଗ ନିର୍ଣ୍ଣୟ କରାଯାଏ । ଏହା ଏକ ପ୍ରକାର ହାଇପରଥର୍ମିଆ (hyperthermia) ବା ଉଚ୍ଚତାପମାତ୍ରା ବେମାରୀ । ଏହା ସାଧାରଣ ଜ୍ୱର ରୋଗଠାରୁ ପୃଥକ୍ ।ପ୍ରତିଷେଧକ ବ୍ୟବସ୍ଥା ମଧ୍ୟରେ ଯଥେଷ୍ଟ ତରଳ ପଦାର୍ଥ ଦିଆଯାଏ ଓ ଅତ୍ୟଧିକ ଗରମରୁ ଦୂରରେ ରହିବାକୁ ଉପଦେଶ ଦିଆଯାଏ । ରୋଗୀର ଦେହକୁ ତୁରନ୍ତ ଥଣ୍ଡା କରିବା ଓ ସାହାଯ୍ୟକାରୀ ଯତ୍ନ (supportive care) ନେବା ଆବଶ୍ୟକ । ଦେହ ଉତ୍ତାପ କମେଇବା ପାଇଁ ରୋଗୀ ଦେହକୁ ଜଳ ସିଞ୍ଚନ କରାଯାଏ, ଥଣ୍ଡା କରିବା ଲାଗି ବରଫ ମିଶ୍ରିତ ଜଳରେ ବୁଡ଼େଇ ରଖାଯାଏ ଓ ଶିରାଭ୍ୟନ୍ତର ତରଳ ପଦାର୍ଥ (intravenous fluids) ଦିଆଯାଏ । ବରଫ ପ୍ୟାକ (ice packs) ରୁଟିନ ଭାବରେ ଦିଆଯାଏ ନାହିଁ ।ଯୁକ୍ତରାଷ୍ଟ୍ର ଆମେରିକାରେ ଏହି ରୋଗ ଯୋଗୁ ବର୍ଷକୁ ୬୦୦ରୁ ଉର୍ଦ୍ଧ୍ୱ ମୃତ୍ୟୁ ହୁଏ । ଏହି ମୃତ୍ୟୁ ହାର ସନ ୧୯୯୫ରୁ ୨୦୧୫ ମଧ୍ୟରେ ବୃଦ୍ଧି ପାଇଥିବା ଜଣାଯାଏ । ଅତ୍ୟଧିକ ପରିଶ୍ରମ ବା ବ୍ୟାୟାମ ଯୋଗୁ ମୃତ୍ୟୁ ହାର ମାତ୍ର ୫% ଥିବାବେଳେ ଅଣବ୍ୟାୟାମ କାରନ ଯୋଗୁ ୬୫% ମୃତ୍ୟୁ ହୁଏ ।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି ।
ଭାରତର ସ୍ୱାଧୀନତା ଦିବସ ଏକ ଭାରତୀୟ ଜାତୀୟ ଦିବସ ଅଟେ । ୧୯୪୭ ମସିହାରେ ଭାରତ ଫିରିଙ୍ଗି ଶାସନରୁ ମୁକ୍ତ ହୋଇ ସ୍ୱତନ୍ତ୍ର ଗଣରାଜ୍ୟରେ ପରିଣତ ହୋଇଥିଲା । ତେଣୁ ଏହି ଦିନକୁ ମନେପକାଇବା ପାଇଁ ପ୍ରତିବର୍ଷ ପନ୍ଦର ଅଗଷ୍ଟକୁ ଭାରତର ସ୍ୱାଧୀନତା ଦିବସ ଭାବରେ ପାଳନ କରାଯାଇଥାଏ । ଏହା ଭାରତର ଏକ ପ୍ରଧାନ ଜାତୀୟ ଦିବସ । ଦେଶ ସାରା, ଏହି ଦିନ ପତାକା ଉତ୍ତୋଳନ କରଯାଇଥାଏ ଓ ଉତ୍ସବମାନ ଅୟୋଜନ କରାଯାଇଥାଏ । ରାଜଧାନୀ ଦିଲ୍ଲୀରେ ଏହି ଦିନ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କ ନିମନ୍ତେ ଜାତୀୟ ପତାକା ଉତ୍ତୋଳନ କରି ଅଭିଭାଷଣ ଦେଇଥାନ୍ତି ଯାହା ଦେଶସାରା ଟି.ଭି.ରେ ଦେଖାଯାଇଥାଏ । ଏହି ଅଭିଭାଷଣରେ ସେ ଦେଶର ପ୍ରଗତି, ଅସୁବିଧା ଓ ତାହାର ସମାଧାନ ଓ ଆଗକୁ ହେବାକୁ ଥିବା ଉନ୍ନତି ଆଦି ବିଷୟରେ ବଖାଣିଥାନ୍ତି । ଭାରତୀୟ ସ୍ୱାଧୀନତା ସଂଗ୍ରାମ ଓ ସଂଗ୍ରାମୀମାନଙ୍କ ଉପରେ ମଧ୍ୟ ସେ ଅଭିଭାଷଣ ରଖିଥାନ୍ତି ।
ଟ୍ରାନ୍ସଫର୍ମର ହେଉଛି ଏକ ଯନ୍ତ୍ର , ଯାହାକି ଚୁମ୍ବକୀୟ କ୍ଷେତ୍ରର ସାହାୟତାରେ ଗୋଟିଏ ଭୋଲଟେଜ୍ ଲେବଲ୍ (Voltage level)ରେ ଥିବା ବୈଦୁତିକ ଶକ୍ତି (AC)କୁ ଅନ୍ୟ ଏକ ଭୋଲଟେଜ୍ ଲେବଲ୍ରେ ଥିବା ବୈଦୁତିକ ଶକ୍ତି (AC)କୁ ପରିବର୍ତ୍ତନ କରିଥାଏ । ଏହାର ଦୁଇ କିମ୍ବା ତତୋଽଧିକ କଏଲ୍(Coil) ଥାଏ ଯାହାକି ଏକ ସାଧାରଣ ଫେରୋ-ମ୍ୟାଗ୍ନେଟିକ୍ କୋର୍ (Ferromagnetic Core) ଚାରିପଟେ ଗୁଡା ହୋଇ ରହିଥାଏ । ଏହି କଏଲ୍ ଗୁଡିକ (ସାଧାରଣତଃ) ସିଧାସଳଖ ଯୋଡା ଯାଇ ନଥାଏ । କଏଲ ଗୁଡିକ ଭିତରେ ଏକ ମାତ୍ର ଯୋଡେଇ ହେଲା କୋର୍ ଭିତରେ ଥିବା ସାଧାରଣ ଚୁମ୍ବକୀୟ ଫ୍ଲକ୍ସ୍ (common magnetic flux) ।
ଓଡ଼ିଶାର ବିଧାନ ସଭା ନିର୍ବାଚନ ମଣ୍ଡଳୀ ତାଲିକା
ଓଡ଼ିଶାର ୧୪୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀ ଓ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ସଭ୍ୟମାନଙ୍କ ତାଲିକା ।ସୂଚନା:
ପ୍ରଶାନ୍ତ ମହାସାଗର (Pacific Ocean) ପୃଥିବୀର ବୃହତ୍ତମ ଓ ଗଭୀରତମ ମହାସାଗର । ଏହାର ପଶ୍ଚିମରେ ଏସିଆ ଓ ଅଷ୍ଟ୍ରେଲିଆ ମହାଦେଶ ରହିଅଛି । ପୂର୍ବରେ ଉତ୍ତର ଆମେରିକା ଓ ଦକ୍ଷିଣ ଆମେରିକା ଅଛି । ଏହାର ଦକ୍ଷିଣରେ ଦକ୍ଷିଣ ମହାସାଗର (Antarctic Ocean ) ତଥା ଆଣ୍ଟାର୍କଟିକା ମହାଦେଶ ଏବଂ ଉତ୍ତରରେ ଉତ୍ତର ମହାସାଗର (Arctic Ocean) ରହିଛି । ପୃଥିବୀ ପୃଷ୍ଠର କ୍ଷେତ୍ରଫଳର ପ୍ରାୟ ଏକ ତୃତୀୟାଂଶ ଏହାର ଅନ୍ତର୍ଗତ । ଏହାର ହାରାହାରି ଗଭୀରତା ପ୍ରାୟ ୩୯୪୦ ମିଟର । ଏହି ମହାସାଗରରେ ଗୁଆମ ଦ୍ୱୀପ ନିକଟରେ ପୃଥିବୀର ଗଭୀରତମ ମ୍ୟାରିଆନା ଖାତ (Mariana Trench) ଅବସ୍ଥିତ । ଏହି ଖାତର ଗଭୀରତା ୧୧୦୩୫ ମିଟର । ପ୍ରଶାନ୍ତ ମହାସାଗରରେ (Pacific Ocean) ଛୋଟ ବଡ଼ ଅନେକଗୁଡ଼ିଏ ଦ୍ୱୀପ ରହିଛି । ଏମାନଙ୍କ ମଧ୍ୟରୁ ମୁଖ୍ୟ ଦ୍ୱୀପଗୁଡ଼ିକ ହେଉଛି:
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣାଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URIଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URLଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ଚନ୍ଦ୍ରାଣି ମୁର୍ମୁ (ଜନ୍ମ ୧୬ ଜୁନ, ୧୯୯୩) ହେଉଛନ୍ତି ଜଣେ ଭାରତୀୟ ରାଜନୀତିଜ୍ଞ ଏବଂ ସମାଜସେବୀ । ୨୦୧୯ ଭାରତୀୟ ସାଧାରଣ ନିର୍ବାଚନରେ ସେ ବିଜୁ ଜନତା ଦଳ ପକ୍ଷରୁ କେନ୍ଦୁଝରରୁ ଛିଡ଼ା ହୋଇଥିଲେ । ଏହି ନିର୍ବାଚନରେ ସେ ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜନତା ପାର୍ଟିର ଦୁଇ ଥର ସଂସଦର ସଦସ୍ୟ ଥିବା, ଅନନ୍ତ ନାୟକଙ୍କୁ ୬୬,୨୦୩ ଖଣ୍ଡ ଭୋଟରେ ପରାସ୍ତ କରି ୧୭ଶ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ । ଏହି ବିଜୟ ସହ ସେ ଲୋକ ସଭାର ସର୍ବକନିଷ୍ଠ ସଦସ୍ୟା ହୋଇଛନ୍ତି । ଜିତିବା ଅବସରରେ ତାଙ୍କୁ ୨୫ ବର୍ଷ ୧୧ ମାସ ଏବଂ ୯ ଦିନ ହୋଇଥିଲା । ଏହା ପୂର୍ବରୁ ୧୬ଶ ଲୋକ ସଭାରେ ହରିୟାଣାର ହିସାର ଲୋକ ସଭା ଆସନରୁ ଜନନାୟକ ଜନତା ପାର୍ଟିର ପ୍ରତିଷ୍ଠାତା ଦୁଷ୍ୟନ୍ତ ଚୌଟାଲା ଏହି କୀର୍ତ୍ତିମାନରେ ଥିଲେ ।