ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ନିଲ ଆଲଡେନ ଆର୍ମଷ୍ଟ୍ରଙ୍ଗ(୫ ଅଗଷ୍ଟ, ୧୯୩୦ - ୨୫ ଅଗଷ୍ଟ, ୨୦୧୨) ଜଣେ ଆମେରିକୀୟ ମହାକାଶଚାରୀ, ଟେଷ୍ଟ ପାଇଲଟ, ଏରୋନଟିକ୍ସ ଇଞ୍ଜିନିୟର, ବିଶ୍ୱବିଦ୍ୟାଳୟ ପ୍ରାଧ୍ୟାପକ ତଥା ଚନ୍ଦ୍ରରେ ପାଦ ଦେଇଥିବା ପ୍ରଥମ ମଣିଷ ଥିଲେ । ମହାକାଶଚାରୀ ହେବା ପୂର୍ବରୁ ସେ ଆମେରିକୀର ସୈନ୍ୟ ବାହିନୀରେ କୋରିଆ ଯୁଦ୍ଧ(୨୫ ଜୁନ, ୧୯୫୦ - ୨୭ ଜୁଲାଇ, ୧୯୫୩)ରେ ଲଢିଥିଲେ । ୨୦ ଜୁଲାଇ, ୧୯୬୯ ଦିନ ୨୦:୧୭:୩୯ ୟୁ.ଟି.ସି.
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ଭଗବାନ ବିଷ୍ଣୁଙ୍କର ଦଶାବତାର କଥା ଶୁଣିଲେ ଓ ଓଡ଼ିଶୀ ନାଚର ଦଶ ଅବତାର ଭଙ୍ଗୀ ଦେଖିଲେ ବୁଝାପଡ଼େ ମଣିଷ କିପରି ଏ ପୃଥିବୀକୁ ଆସିଲା । ବିବର୍ତ୍ତନବାଦୀମାନେ କହନ୍ତି, ପୃଥିବୀଟା ବହୁ ପୁରାକାଳରେ ଖାଲି ବାଷ୍ପମୟ ଥିଲା । କ୍ରମେ କ୍ରମେ ସେ ବାଷ୍ପରାଶି ଶୀତଳ ହୋଇଯାଇ ନାନାପ୍ରକାର ପଦାର୍ଥ ଓ ରାସାୟନିକ ଦ୍ରବ୍ୟରେ ପରିଣତ ହେଲା । ପାଣି ମଧ୍ୟ ତିଆରି ହେଲା । ସେ ପାଣିରେ ପ୍ରଥମେ ଛୋଟ ଛୋଟ ଜୀବ ଉତ୍ପନ୍ନ ହେଲେ । ସେ ଛୋଟ ଛୋଟ ଜୀବ ନାନା ଘାତ ପ୍ରତିଘାତ ମଧ୍ୟରେ ଯାଇ ଆସ୍ତେ ଆସ୍ତେ ଉନ୍ନତ ଧରଣର ହେଲେ । ପରେ ମାଛମାନଙ୍କର ଆବିର୍ଭାବ ହେଲା । ସେ ମାଛମାନେ କ୍ରମେ କ୍ରମେ ଜଳରୁ ସ୍ଥଳଭାଗକୁ ଆସିଲେ । ତା ପରେ ନାନା ପ୍ରକାର ସରୀସୃପ ବା ସାପ ଜାତୀୟ ଓ ବେଙ୍ଗ ଜାତୀୟ ଜୀବ ସୃଷ୍ଟି ହେଲେ । ସେଥିରୁ କ୍ରମେ କ୍ରମେ ନାନା ପ୍ରକାର ଡାଇନୋସର ଓ ଅନ୍ୟାନ୍ୟ ପ୍ରକାରର ଜୀବ ସୃଷ୍ଟି ହୋଇ ଶେଷରେ ମାଙ୍କଡମାନଙ୍କର ଆବିର୍ଭାବ ହେଲା । ଏସବୁ ହେବାକୁ କୋଟି କୋଟି ବର୍ଷ ଲାଗିଥିଲା ବୋଲି ବୈଜ୍ଞାନିକମାନେ କହନ୍ତି । ତା ପରେ ଆସିଲା ମଣିଷ ।
ନିସନ୍ଦେହରେ ଅଲିମ୍ପିକ ହିଁ ହେଉଛି ବିଶ୍ୱର ସର୍ବବୃହତ ତଥା ସର୍ବଶ୍ରେଷ୍ଠ କ୍ରୀଡ଼ା ମହୋତ୍ସବ । କ୍ରୀଡ଼ାର ଉତ୍କର୍ଷ,ପାରସ୍ପରିକ ପ୍ରତିଦ୍ୱନ୍ଦିତା,ଏହାର ଲୋକପ୍ରିୟତା ଆଦି ସମସ୍ତ ଦୃଷ୍ଟିକୋଣରୁ ଅଲିମ୍ପିକ କ୍ରୀଡ଼ା ବିଶ୍ୱର ଅନ୍ୟାନ୍ୟ ସମସ୍ତ ପ୍ରତିଯୋଗିତା ଠାରୁ ରହିଛି ଅନେକ ଆଗରେ । ବିଶ୍ୱର ଏହି କ୍ରୀଡ଼ା ମହାକୁମ୍ଭରେ ଅଂଶଗ୍ରହଣ କରି ସଫଳତା ହାସଲ କରିବ । ଅର୍ଥ କ୍ରୀଡ଼ାଜଗତର ସର୍ବୋଚ୍ଚ ସୋପାନରେ ଉପନୀତ ହେବା । ସେଥିପାଇଁ ଅଲିମ୍ପିକ ପ୍ରତିଯୋଗିତାର ଆକର୍ଷଣ ସବୁ ସମୟରେ ଉନ୍ମାଦିତ କରିଆସିଛି ବିଶ୍ୱର ସମସ୍ତ ଦେଶର ପ୍ରତିଯୋଗୀମାନଙ୍କୁ । ତାହା ଗ୍ରୀଷ୍ମକାଳୀନ ଅଲିମ୍ପିକ ହେଉ ବା ଶୀତକାଳୀନ ଅଲିମ୍ପିକ, ଏହାର ରୋମାଞ୍ଚ,ଏହାର ଉତ୍ତେଜନା ସବୁବେଳେ ସମାନ ।
ଶୀଳା ଦିକ୍ଷିତ ୩୧ ମାର୍ଚ୍ଚ ୧୯୩୮ରେ ଜନ୍ମିତ ଜଣେ ଭାରତୀୟ ରାଜନେତ୍ରୀ ଭାରତୀୟ ଜାତୀୟ କଂଗ୍ରେସର ସଦସ୍ୟ, ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ୧୯୯୮ରୁ ୨୦୧୩ ପର୍ଯ୍ୟନ୍ତ କାର୍ଯ୍ୟ ତୁଲାଇଥିଲେ । କଂଗ୍ରେସ ତରଫରୁ ତିନିଥର ଲଗାତର ମୁଖ୍ୟମନ୍ତ୍ରୀ ପଦ ଜିଣିଥିଲେ । ଡିସେମ୍ବର ୨୦୧୩ରେ ଆମ ଆଦମୀ ପାର୍ଟିର ଅରବିନ୍ଦ କେଜରିୱାଲଙ୍କଠାରୁ ପରାସ୍ତ ହେବା ପରେ କେରଳର ରାଜ୍ୟପାଳ ଭାବେ ନିଯୁକ୍ତ ହୋଇଥିଲେ । ପରେ ସେଠାରୁ ୧୧ ମାର୍ଚ୍ଚ ୨୦୧୪ରେ ଇସ୍ତଫା ଦେଇଥିଲେ ।
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
ଓଡ଼ିଆ ସମାଜିକ ଚାଲିଚଳଣିରେ ଆକ୍ଷେପ, ଉପଦେଶ, ମନ୍ତବ୍ୟ ପାଇଁ ମୁଖ ନିସୃତ ଲୋକ କଥା ଯାହା ଋଢୀ, ପଦ, କାବ୍ୟାଂଶ, ଲୋକଗୀତର ଅଂଶବିଶେଷ ଅଟେ ଏବଂ ଗଦ୍ୟ କିମ୍ବା ପଦ୍ୟ ଭାବେ ପ୍ରକାଶ ହୋଇଥାଏ । ଲୋକକଥା, ଢଗ ଢମାଳି ତଥା ଋଢୀ ପ୍ରୟୋଗର ବ୍ୟାବହାରିକ, ସାମାଜିକ, ସାଂସ୍କୃତିକ ତଥା ଭାଷାଗତ ମୂଲ୍ୟ କିଛି କମ୍ ନୁହେଁ । ମାନବ ସମାଜରେ ଭାବର ଏହି ବ୍ୟଙ୍ଗାତ୍ମକ ପରିପ୍ରକାଶରେ ସାଂସ୍କୃତିକ, ପୌରାଣିକ ତଥା ସାମାଜିକ ପରମ୍ପରାର ଝଲକ ଦେଖିବାକୁ ମିଳେ । ଆମ ଦୈନନ୍ଦିନ ଜୀବନର ନିତିଦିନିଆ ଘଟଣାକୁ ଏକ ରଚନାତ୍ମକ ତଥା ବ୍ୟଙ୍ଗାତ୍ମକ ଭଙ୍ଗୀରେ ପ୍ରକାଶ କରିବାର ଏହି ଅଭିନବ ଶୈଳୀ ଆମ ସାହିତ୍ୟକୁ ଋଦ୍ଧିମନ୍ତ କରିଛି । ସାଧାରଣତଃ ଢଗ ଢମାଳିକୁ ସାତୋଟି ବିଚାରଧାରାରେ ଉଲ୍ଲିଖିତ କରାଯାଇପାରେ । ଯଥା: ବ୍ୟକ୍ତିଗତ, ସାହିତ୍ୟିକ, ବ୍ୟାବହାରିକ, ଧାର୍ମିକ, ସାଂସ୍କୃତିକ, ଔପଚାରିକ ଏବଂ ସଜ୍ଞାନାତ୍ମକ । ଅନ୍ୟ ଭାଷା ଭଳି ଓଡ଼ିଆ ଭାଷାରେ ଢଗ ଢମାଳିର ସଂଖ୍ୟା କିଛି କମ୍ ନୁହେଁ । ତେବେ ବ୍ୟାବହାରିକ ତଥା ଶୈଳୀଗତ ଦୃଷ୍ଟିରୁ ଓଡ଼ିଆ ଢଗ ଢମାଳିଗୁଡିକୁ ନିମ୍ନମତେ ଭାଗ କରାଯାଇପାରେ:
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
'ରବୀନ୍ଦ୍ରନାଥ ଠାକୁର ' ( /rəˈbindrəˈnɑ:t ˈtɑ:ɡɔr/; ଛାଞ୍ଚ:IPA-bn), (୧୮୬୧-୧୯୪୧) ଏକାଧାରରେ ଜଣେ କବି, ଚିତ୍ରଶିଳ୍ପୀ, ସଂଗୀତଜ୍ଞ, ଶିକ୍ଷାବିତ, ଗାଳ୍ପିକ ଓ ଦାର୍ଶନିକ ଥିଲେ । ତାଙ୍କୁ ବଙ୍ଗଳା ଭାଷାର ସର୍ବଶ୍ରେଷ୍ଠ ସାହିତ୍ୟକ ବୋଲି ଧରାଯାଏ । ଭାରତୀୟ ଭାଷା ଅନୁସାରେ ତାଙ୍କ ନାମ ରବିଦ୍ରନାଥ ଠାକୁର ଥିଲା । ତାଙ୍କୁ "ବଙ୍ଗଳାର ପକ୍ଷୀ" ବୋଲି ଆଖ୍ୟା ଦିଆଯାଇଥିଲା ।ଭାରତୀୟମାନଙ୍କ ମଧ୍ୟରେ ସେ ସର୍ବ ପ୍ରଥମେ ନୋବେଲ ପୁରସ୍କାର ଲାଭ କରିଥିଲେ । ଟାଗୋର ବହୁତ ଗଳ୍ପ, କବିତା, ଓ ନାଟକ ରଚନା କରିଥିଲେ ଓ ତା' ସହ ବହୁତ ଗୀତ ଓ ସଙ୍ଗୀତ ଲେଖିଥିଲେ । ରବୀନ୍ଦ୍ରନାଥଙ୍କ ୫୨ଟି କାବ୍ୟଗ୍ରନ୍ଥ, ୩୮ଟି ନାଟକ, ୧୩ଟି ଉପନ୍ୟାସ, ୩୬ଟି ପ୍ରବନ୍ଧ, ୯୬ କ୍ଷୁଦ୍ର ଗଳ୍ପ ଓ ୧୯୧୫ ସଙ୍ଗୀତ ପ୍ରକାଶିତ ହୋଇସାରିଛି । ରବୀନ୍ଦ୍ରନାଥଙ୍କ ରଚନା ବିଭିନ୍ନ ଭାଷାରେ ଅନୁବାଦିତ ହୋଇସାରିଛି । ଗୀତାଞ୍ଜଳିର ଲେଖକ ଓ ତାଙ୍କର ଗଭୀର ସମ୍ବେଦନଶୀଳ, ତାଜା, ସୁମଧୁର କବିତା; ୧୯୧୩ ମସିହାରେ ଗୀତାଞ୍ଜଳି କବିତାଗ୍ରନ୍ଥର ଇଂରାଜୀ ଅନୁବାଦ ପାଇଁ ସେ ନୋବେଲ ପୁରସ୍କାର ଲାଭ କରିଥିଲେ । ତାଙ୍କଦ୍ୱାରା ରଚିତ ସଂଗୀତ ୨ଟି ଦେଶ, ନିଜ ନିଜ ଦେଶର ଜାତୀୟ ସଂଗୀତ ଭାବେ ବାଛି ନେଇଛନ୍ତି: ଭାରତ "ଜନ ଗଣ ମନ" ଓ ବାଂଲାଦେଶ "ଆମର୍ ସୋନାର ବଙ୍ଗଲା" । ଶ୍ରୀଲଙ୍କାର ଜାତୀୟ ସଂଗୀତ ମଧ୍ୟ ଟାଗୋରଙ୍କ ଠାରୁ ପ୍ରେରଣା ଲାଭ କରିଥିଲା । ଗୋଟେ ପିରାଲୀ ବ୍ରାହ୍ମଣ କଲିକତାର ପୈତୃକ ସମ୍ଭ୍ରାନ୍ତ ଶ୍ରେଣୀର ଲୋକ ଜେସର ସହର ସହ ସମ୍ପର୍କିତ, ସେ ଯେତେବେଳେ ୮ବର୍ଷ ବୟସର ହେଇଥିଲେ ସେତେବେଳେ ସେ ଲେଖା ଆରମ୍ଭ କରିଥିଲେ । ଷୋହଳ ବର୍ଷ ବୟସରେ, ସେ ଭାନୁସିଂହ ନାମକ ଛଦ୍ମ ନାମ ଉପଯୋଗ କରି ନିଜର କବିତାକୁ ଉନ୍ମୋଚନ କରିଥିଲେ । ସେହି କବିତାଗୁଡିକୁ ସାହିତ୍ୟିକ ମହଲରୁ ଅନେକ ପ୍ରଶଂସା କରାଯାଇଥିଲା । ଅନୁବାଦରେ ତାଙ୍କ କବିତା ଅଧ୍ୟତ୍ମିକ ଓ ସୁଲଳିତ ଥିଲା ,କିନ୍ତୁ ତାଙ୍କର ରୁଚିପୂର୍ଣ ଗଳ୍ପ ଓ ସୁମଧୁର କବିତା ବହୁତ ସମୟ ପର୍ଯ୍ୟନ୍ତ ବଙ୍ଗଳା ବାହାରେ ଜଣା ନ ଥିଲା ।୧୮୭୭ ମସିହାରେ ସେ ନିଜେ ଛୋଟ ଗଳ୍ପ ଓ ନାଟକ ନିଜ ନାମରେ ପ୍ରକାଶନ କରି ଥିଲେ । ସେ ଜଣେ ମାନବବାଦୀ, ଭୌମିକତା, ଅନ୍ତରାଷ୍ଟ୍ରୀୟବେଦୀ ଥିଲେ । ସେ ବ୍ରିଟିଶ ଶାସନର ନିନ୍ଦା ଓ ଭାରତର ସ୍ୱଧୀନ ପାଇଁ ଓକିଲାତି କରୁଥିଲେ । ବଙ୍ଗଳା ପୁନଃଜାଗରଣ ର ପ୍ରତିବାଦକ ରୂପରେ ,ସେ ଚିତ୍ର, ଚିତ୍ରାଙ୍କନ , ୧୦୦ ବହି, କିଛି ୨୦୦୦ ସଂଖ୍ୟକ କବିତା, ଇଚ୍ଛାପତ୍ର ସାମିଲ ଥିଲା, ତାଙ୍କଦ୍ୱାରା ବିଶ୍ୱ ଭାରତୀୟ ବିଶ୍ୱବିଦ୍ୟାଳୟ ସ୍ଥାପିତ ହୋଇଥିଲା ।
ଭୁବନେଶ୍ୱର ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ୱର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ୱର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ୱାରା ବିଶେଷ ଆଦୃତ ହୋଇଅଛି ।ଭୁବନେଶ୍ୱର ନାମଟି ଶିବଙ୍କ ଅନ୍ୟନାମ ତ୍ରିଭୁବନେଶ୍ୱର ନାମରୁ ଆସିଅଛି । ଭୁବନେଶ୍ୱର ୩୦୦୦ ବର୍ଷ ଆଗରୁ ମହାମେଘ ବାହନ ଚେଦି ବଂଶଦ୍ୱାରା ଆରମ୍ଭ ହୋଇଥିଲା ଯେଉଁମାନଙ୍କ ରାଜଧାନୀ ବର୍ତ୍ତମାନର ଭୁବନେଶ୍ୱର ପାଖ ଶିଶୁପାଳଗଡ଼ରେ ଥିଲା । ଭୁବନେଶ୍ୱର ତୋଷାଳୀ, କଳିଙ୍ଗ ନଗରୀ, ନଗର କଳିଙ୍ଗ, ଏକାମ୍ର କାନନ, ଏକାମ୍ର କ୍ଷେତ୍ର ଏବଂ ମନ୍ଦିର ମାଳିନୀ ନଗରୀ ନାମରେ ପ୍ରସିଦ୍ଧ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ତିବ୍ୱତୀ ବୌଦ୍ଧ ଧର୍ମ ବୌଦ୍ଧ ଧର୍ମୀର ମହାଜ୍ଞାନ ଶାଖାର ଏକ ଉପଶାଖା ଅଟେ ଯାହା ତିବ୍ୱତ, ମଙ୍ଗୋଲିୟ, ଭୁଟାନ, ଉତ୍ତର ନେପାଳର ଲଦାଖ, ଅରୁଣାଚଳ ପ୍ରଦେଶ ଏବଂ ସିକିମ କ୍ଷେତ୍ର, ଋଷର କାଲାମିକିୟା, ତୁବା ଏବଂ ପୂର୍ବତରୀ ଚୀନରେ ପ୍ରଚଳିତ ଅଟେ । ତିବ୍ୱତୀ ଭାଷା ଏହି ସମ୍ପ୍ରଦାୟର ଧାର୍ମିକ ଭାଷା ଅଟେ ଏବଂ ଏହାର ଅଧିକତର ଧର୍ମଗ୍ରନ୍ଥ ତିବ୍ୱତୀ ଓ ସଂସ୍କୃତରେ ହିଁ ଲେଖା ହୋଇଛି । ବର୍ତ୍ତମାନ କାଳରେ ୧୪ବିଂ "ଦଳାଇ ଲାମା" ଏହାର ସବୁଠାରୁ ବଡ ଧାର୍ମିକ ନେତା ଅଟନ୍ତି ।
ବ୍ରଜଭୂଷଣ ମହାନ୍ତି(ଜନ୍ମ : ୧୯୬୧), ଜଣେ ବକ୍ସିଂ ପ୍ରଶିକ୍ଷକ ।ବକ୍ସିଂ ପ୍ରଶିକ୍ଷଣରେ ଜୀବନବ୍ୟାପି ଅବଦାନ ପାଇଁ ୨୦୧୭ ମସିହାରେ ସେ ଦ୍ରୋଣାଚାର୍ଯ୍ୟ ପୁରସ୍କାର ଲାଭ କରିଥିଲେ । ଏହି ପୁରସ୍କାର ହାସଲ କରିବାରେ, ସେ ଓଡ଼ିଶାରେ ଜନ୍ମିତ ଏକମାତ୍ର ବ୍ୟକ୍ତି । ସେ ଜାତୀୟ ବକ୍ସିଂ ଏକାଡେମୀ, ରୋହତକରେ ପ୍ରଶିକ୍ଷକ ଭାବରେ କାର୍ଯ୍ୟ କରିଛନ୍ତି ।ବ୍ରଜଭୂଷଣ, ଭାରତୀୟ ସ୍ଥଳବାହିନୀରେ ଚାକିରୀ କରି ଅବସର ଗ୍ରହଣ କରି ସାରିଛନ୍ତି । ସ୍ଥଳବାହିନୀରେ ଚାକିରୀ କରିବା ଆଗରୁ ନିଜ ଜନ୍ମମାଟି ବ୍ରହ୍ମପୁରଠାରେ ବକ୍ସିଂ କରିବା ଆରମ୍ଭ କରିଥିଲେ । ସ୍ଥଳବାହିନୀ ତରଫରୁ, ତାଙ୍କୁ ୨୦୦୧ ମସିହାରେ ଆର୍ମୀ କ୍ରୀଡ଼ା ସଂସ୍ଥାନରେ(Army Sports Institute) ବକ୍ସିଂ ପ୍ରଶିକ୍ଷକ ଭାବରେ ନିଯୁକ୍ତି ଦିଆଯାଇଥିଲା । ସେଠାରେ ସେ ୨୦୧୧ରେ ନିଜ ଅବସର ପର୍ଯ୍ୟନ୍ତ ପ୍ରଶିକ୍ଷଣ ଦେଇଥିଲେ । ଅବସର ପରେ ସେ ପ୍ରଥମେ ଝାଡ଼ଖଣ୍ଡରେ ଓ ପରେ ଜାତୀୟ ବକ୍ସିଂ ଏକାଡେମୀରେ(National Boxing Academy) ପ୍ରଶିକ୍ଷଣ ପ୍ରଦାନ କରିଥିଲେ । ଜାତୀୟ ଓ ଆନ୍ତର୍ଜାତୀୟ ସ୍ଥରର ବକ୍ସିଂ ଖେଳାଳି ଡିଂକା ସିଂ, ମନପ୍ରୀତ ସିଂ, ଶିବା ଥାପ୍ପା, ବି ସନ୍ତୋଷ କୁମାର, ବିକାଶ କ୍ରୀଷ୍ଣନ, ଗୁରୁଚରଣ ସିଂ ଓ ମମତା ପଣ୍ଡା ଆଦି ବ୍ରଜଭୂଷଣଙ୍କଦ୍ୱାରା ପ୍ରଶିକ୍ଷିତ । ଓଡ଼ିଶାରେ ବକ୍ସିଂର ପ୍ରସାର ପାଇଁ ସେ ୨୦୦୭ ଓ ୨୦୦୯ ମସିହାରେ କଳିଙ୍ଗ କପର ଆୟୋଜନ କରିଥିଲେ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
୧୯୪୮ ମସିହା ଏପ୍ରିଲ ୭ ତାରିଖରେ ଜାତିସଂଘ ପକ୍ଷରୁ ପ୍ରତିଷ୍ଠା ହେଇଥିଲା ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ(WHO)। ବିଶ୍ୱରେ ସ୍ୱାଥ୍ୟ ସେବା ସମ୍ପର୍କିତ ବିବରଣୀ ସଂଗ୍ରହ କରିବା ଏବଂ ଏହାର ମୁକାବିଲା ଦିଗରେ ଆବଶ୍ୟକ ପଦକ୍ଷେପ ନେବା ଥିଲା ଏହି ସଂଗଠନର ଉଦ୍ଦେଶ୍ୟ ।ଏହାର ମୂଖ୍ୟାଳୟ ସୁଇଜରଲାଣ୍ଡର ଜେନେଭାଠାରେ ପ୍ରତିଷ୍ଠା ହେଇଥିଲା ।ଅବଶ୍ୟ ଏହା ପୂର୍ବରୁ ସଂଗଠନ ପ୍ରତିଷ୍ଠା ଲାଗି ୧୯୪୬ ଜୁଲାଇ ୨୨ରେ ଜାତିସଂଘର ୬୧ଟି ସଦସ୍ୟ ରାଷ୍ଟ୍ର ଏକ ରାଜିନାମା ସ୍ୱାକ୍ଷର କରିଥିଲେ ।ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ପ୍ରଥମ ବୈଠକ ୧୯୪୮ ଜୁଲାଇ ୨୪ରେ ଶେଷ ହେଇଥିଲା ।ପ୍ରତିଷ୍ଠା ହେବା ଦିନରୁ ସଂଗଠନ ବିଶ୍ୱରୁ ବସନ୍ତରୋଗ ସମ୍ପୁର୍ଣ୍ଣ ଭାବେ ଲୋପ କରିବା ଲାଗି ଉଦ୍ୟମ ଆରମ୍ଭ କରିଥିଲା ଏବଂ ଏଦିଗରେ ସଫଳ ମଧ୍ୟ ହେଇଥିଲା ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଜହ୍ନ ହେଉଛି ପୃଥିବୀର ଏକମାତ୍ର ପ୍ରାକୃତିକ ଉପଗ୍ରହ ଏବଂ ସୌରଜଗତର ପଞ୍ଚମ ବୃହତ ଉପଗ୍ରହ । ଜହ୍ନ ହେଉଛି ଏକମାତ୍ର ଉପଗ୍ରହ ଯେଉଁଥିରେ ମଣିଷର ପାଦ ପଡ଼ିପାରିଛି । ଏବେ ନାସା ବୈଜ୍ଞାନିକମାନେ ପୃଥିବୀ ପରିକ୍ରମା କରୁଥିବା ଏକ ଗ୍ରହାଣୁ ଠାବ କରିଛନ୍ତି। ଏହା ଆକାରରେ ଛୋଟ ଓ ପୃଥିବୀର ବହୁ ଦୂରରେ ଥିବାରୁ ଏହାକୁ ଏକ କ୍ଷୁଦ୍ର ଉପଗ୍ରହ ବୋଲି କୁହା ଯାଇପାରେ। ପୃଥିବୀରୁ ଚନ୍ଦ୍ରର ହାରାହାରି ଦୂରତା ୩୮୪,୪୦୦ କିମି ବା ୧.୨୮ଆଲୋକ-ସେକେଣ୍ଡ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି lଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ୱବିଦ୍ୟାଳୟରୁ ଏଲ.ଏଲ.ଏମ.
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଗୋପାଳ ଛୋଟରାୟ (୧୯୧୬ - ୨୨ ଜାନୁଆରୀ ୨୦୦୩) ଜଣେ ଓଡ଼ିଆ ନାଟ୍ୟକାର । ଓଡ଼ିଶାର ଗୀତିନାଟ୍ୟ, ପାଲା, ଗହନ ଆଦିରେ ସଂସ୍କାର ଆଣିବାରେ ସେ ପ୍ରୟାସ କରିଥିଲେ । ସାଧାରଣ ମଣିଷର ଜୀବନଧାରଣ ଓ ନିତିଦିନିଆ ଚଳଣିକୁ ନେଇ ତାଙ୍କର ନାଟକ ସବୁ ଜୀବନ୍ତ । ସେ ଶତାଧିକ ମଞ୍ଚ ଓ ବେତାର ନାଟକ ଏବଂ ଅନେକ ଚଳଚ୍ଚିତ୍ରରେ ସଂଳାପ ରଚନା କରିଛନ୍ତି । ସେ ମଧ୍ୟ ଅନେକ ହିନ୍ଦୀ, ମରାଠୀ ଓ ଗୁଜରାଟୀର ନାଟକକୁ ଓଡ଼ିଆ ଭାଷାରେ ରୂପାନ୍ତର କରିଛନ୍ତି ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ଶ୍ରୀନିବାସ ରାମାନୁଜନ FRS ( pronunciation ) (୨୨ ଡିସେମ୍ବର ୧୯୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ ’ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
କମ୍ପୁଟର ସଫ୍ଟୱେର କିମ୍ବା ସଫ୍ଟୱେର, କମ୍ପ୍ୟୁଟର ପ୍ରୋଗ୍ରାମ, ଲାଇବ୍ରେରି ଏବଂ ସେମାନଙ୍କ ସମ୍ବନ୍ଧିତ ନଥିକରଣକୁ ନେଇ ଗଠିତ । "ସଫ୍ଟୱେର" ଶବ୍ଦଟି କେବେ କେବେ ସଙ୍କୁଚିତ ଅର୍ଥରେ ଆପ୍ଲିକେସନ ସଫ୍ଟୱେରକୁ ମଧ୍ୟ ବୁଝାଇଥାଏ । ସଫ୍ଟୱେର କମ୍ପ୍ୟୁଟର ମେମୋରିରେ ସାଇତା ହୋଇ ରହିଥାଏ ଏବଂ ଏହାକୁ କେହି ଛୁଇଁପାରିବେ ନାହିଁ ।ନିମ୍ନତମ ସୋପାନରେ, ଏକ୍ସକ୍ୟୁଟ କରାହୋଇପାରିବା କୋଡ଼ସମୂହ ଏକ ନିର୍ଦ୍ଦିଷ୍ଟ ପ୍ରସେସର– ସାଧାରଣତଃ ଏକ ସେଣ୍ଟ୍ରାଲ ପ୍ରୋସେସିଙ୍ଗ ୟୁନିଟ (ସିପିୟୁ) ସହ ସମ୍ବନ୍ଧିତ ମେସିନ ଲାଙ୍ଗୁଏଜକୁ ନେଇ ଗଠିତ । ଏକ ମେସିନ ଲାଙ୍ଗୁଏଜ ପ୍ରୋସେସର ସୂଚନାକୁ ସୂଚାଉଥିବା ବାଇନାରି ମୂଲ୍ୟକୁ ନେଇ ଗଠିତ ଦଳମାନଙ୍କୁ ନେଇ ତିଆରି । ଏହି ମୂଲ୍ୟସବୁ କମ୍ପ୍ୟୁଟରର ପୂର୍ବ ଅବସ୍ଥାକୁ ବଦଳାଇଥାଏ ।
ପ୍ରମିଳା ମଲ୍ଲିକ (ଜନ୍ମ: ୪ ମାର୍ଚ୍ଚ ୧୯୬୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ୧୯୯୦ ମସିହାରେ ସେ ଓଡ଼ିଶା ବିଧାନ ସଭାର ୧୦ମ ସଭାକୁ ଜନତା ଦଳର ପ୍ରତିନିଧି ଭାବରେ ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ପ୍ରଥମ ଥର ପାଇଁ ନିର୍ବାଚିତ ହୋଇଥିଲେ । ପରବର୍ତ୍ତୀ ସମୟରେ ସେ ପୁଣିଥରେ ୨୦୦୦ ମସିହା ଓଡ଼ିଶା ସାଧାରଣ ନିର୍ବାଚନରେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ସେହି ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ଏହାପରେ ସେ ଲଗାତାର ୨୦୦୪ ମସିହାରେ ୧୩ଶ, ୨୦୦୯ ମସିହାରେ ୧୪ଶ ଏବଂ ୨୦୧୪ ମିସିହାରେ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ପ୍ରମିଳା ପ୍ରଥମଥର ପାଇଁ ୨୦୦୪ ମସିହାରେ ୧୩ଶ ଓଡ଼ିଶା ବିଧାନ ସଭାର ମନ୍ତ୍ରୀମଣ୍ଡଳରେ ମନ୍ତ୍ରୀ ହୋଇଥିଲେ । ସେ ମହିଳା ଓ ଶିଶୁ ବିକାଶ ବିଭାଗର ମନ୍ତ୍ରୀ ଥିଲେ ।
ଆବୁଲ କଲାମ ଆଜାଦ (୧୧ ନଭେମ୍ବର ୧୮୮୮- ୨୨ ଫେବୃଆରୀ ୧୯୫୮)ବା ମୌଲାନା ସୟୀଦ ଅବୁଲ କାଲାମ ଗୁଲାମ ମୁହିୟୁଦ୍ଦିନ ଅଦମଦ ବିନ ଖୈରୁଦ୍ଦିନ ଅଲ୍-ଦୁସୈନି ଆଜାଦ (ପୁରା ନାମ) ଥିଲେ ଜଣେ ଭାରତୀୟ ବୁଦ୍ଧିଜୀବି ତଥା ଭାରତୀୟ ସ୍ୱାଧୀନତା ସଂଗ୍ରାମ ସମୟରେ ଜାତୀୟ କଂଗ୍ରେସର ବରିଷ୍ଠ ମୁସଲିମ ନେତା । ମୌଲାନ ଆଜାଦ ନାମରେ ପ୍ରସିଦ୍ଧ ଏହି ନେତା ଥିଲେ ସ୍ୱାଧୀନତା ପରବର୍ତ୍ତୀ ଭାରତରେ ସେ ପ୍ରଥମ ଶିକ୍ଷାମନ୍ତ୍ରୀ । ମୌଲାନା ହେଉଛି ତାଙ୍କୁ ପ୍ରଦତ୍ତ ଏକ ସମ୍ମାନାସ୍ପଦ ଉପାଧୀ ଏବଂ ସେ ତାଙ୍କ ନାମରେ ଆଜାଦ (ଅର୍ଥାତ- ମୁକ୍ତ) ଯୋଡିଦେଇଥିଲେ । ଭାରତୀୟ ଶିକ୍ଷା ବ୍ୟବସ୍ଥାକୁ ଏକ ନୂତନ ରୂପରେଖ ଦେବାରେ ତାଙ୍କର ଅବଦାନକୁ ଚିର ସ୍ମରଣୀୟ କରିବା ପାଇଁ ପ୍ରତିବର୍ଷ ତାଙ୍କ ଜନ୍ମ ଦିନକୁ ଭାରତରେ ଜାତୀୟ ଶିକ୍ଷା ଦିବସ ରୂପେ ପାଳନ କରାଯାଉଛି ।ଯୁବକ ସମୟରୁ ଆଜାଦ କବିତା ରଚନା କରିବା ତଥା ଧର୍ମ ଏବଂ ଦର୍ଶନ ସମ୍ବନ୍ଧୀୟ ଗ୍ରନ୍ଥ ରଚନା କରିବାରେ ସିଦ୍ଧହସ୍ତ ଥିଲେ । ଜଣେ ସାମ୍ବାଦିକ ଭାବେ ବ୍ରିଟିଶ ରାଜ ସମୟର ମହତ୍ତ୍ୱପୂର୍ଣ୍ଣ ଘଟଣା ସବୁର ସମୀକ୍ଷା କରିବା ସହ ଭାରତୀୟଙ୍କ ମନରେ ଜାତୀୟତା ଭାବ ଉଦ୍ରେକ କରିବାରେ ତାଙ୍କର ଅନେକ ଲେଖା ତତକାଳୀନ ସମୟରେ ବହୁ ବିଜ୍ଞ ବ୍ୟକ୍ତିଙ୍କଦ୍ୱାରା ଆଦୃତ ହେବା ସହ ତାଙ୍କର ପ୍ରଚଣ୍ଡ ବୁଦ୍ଧିମତ୍ତାର ପରିଚୟ ପ୍ରଦାନ କରିଥିଲା । ଖିଲାଫତ ଆନ୍ଦୋଳନର ନେତୃତ୍ୱ ନେବାବେଳେ ସେ ମହତ୍ମା ଗାନ୍ଧୀଙ୍କ ନିକଟ ସଂସ୍ପର୍ଶରେ ଆସିଥିଲେ । ଏହାପରେ ସେ ଗାନ୍ଧୀଙ୍କ ଅହିଂସା ତତ୍ତ୍ୱର ଏକ ଉତ୍ସାହୀ ସମର୍ଥକ ପାଲଟିଯାଇଥିଲେ ଏବଂ ସ୍ୱଦେଶୀ ଏବଂ ସ୍ୱରାଜ ସମ୍ବନ୍ଧରେ ଗାନ୍ଧୀଙ୍କ ବିଚାରଧାରା ପ୍ରଚାର କରିବାରେ ନିଜର ପ୍ରତିବଦ୍ଧତା ପରିପ୍ରକାଶ କରିଥିଲେ । ୧୯୨୩ ମସିହାରେ ମାତ୍ର ୩୫ ବର୍ଷ ବୟସରେ ସେ ଭାରତୀୟ ଜାତୀୟ କଂଗ୍ରେସର ସଭାପତି ପଦ ଅଳଂକୃତ କରି ନିଜର ଦକ୍ଷତା ପ୍ରତିପାଦନ କରିପାରିଥିଲେ ।
କାଳୀଚରଣ ପଟ୍ଟନାୟକ ଜଣେ ଆଧୁନିକ ଓଡ଼ିଆ ନାଟ୍ୟକାର, ଗୀତିକାର, କବି, ସଙ୍ଗୀତଜ୍ଞ ଓ ନୃତ୍ୟ ବିଶାରଦ ଥିଲେ । କାଳୀଚରଣ ପାରମ୍ପରିକ ଲୀଳା ନାଟକ ପ୍ରଦର୍ଶନ କରି ନିଜର ନାଟ୍ୟକାର ଜୀବନ ଅରମ୍ଭ କରିଥିଲେ । ୪ର୍ଥ ଦଶକ ବେଳକୁ ସେ ଆଧୁନିକ ମଞ୍ଚ ନାଟକ ଲେଖି ତାହାର ବିପଣନ କରିବା ଆରମ୍ଭ କରିଥିଲେ । ସେଥିପାଇଁ ୧୯୨୯ ମସିହାରେ "ସାକ୍ଷୀଗୋପାଳ ନାଟକ ସଂଘ' ଓ ୧୯୩୯ରେ "ଓଡ଼ିଶା ଥିଏଟର୍ସ' ନାମରେ ଏକ ରଙ୍ଗମଞ୍ଚ ଗଠନ କରି ଓଡ଼ିଶା ନାଟକାଭିନୟ ଜଗତର ପ୍ରସାର ଓ ଉନ୍ନତି କରିଥିଲେ । ତାଙ୍କର ଜନପ୍ରିୟ ନାଟକ ଗାର୍ଲ ସ୍କୁଲ (୧୯୩୯) ଓଡ଼ିଆ ମଞ୍ଚାଭିନୟରେ ନୂତନ ଯୁଗର ଆରମ୍ଭ କରିଥିଲା । ତାଙ୍କୁ ଆଧୁନିକ ଓଡ଼ିଆ ନାଟ୍ୟଶାସ୍ତ୍ରର ‘ଭରତମୁନି’ ବୋଲି ମଧ୍ୟ କୁହାଯାଏ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି ।
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ୱରୂପରାଣୀ ଥିଲା । ସେ ସ୍ୱାଧିନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣାଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URIଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URLଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ .