ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଭାରତର ସ୍ୱାଧୀନତା ଦିବସ ଏକ ଭାରତୀୟ ଜାତୀୟ ଦିବସ ଅଟେ । ୧୯୪୭ ମସିହାରେ ଭାରତ ଫିରିଙ୍ଗି ଶାସନରୁ ମୁକ୍ତ ହୋଇ ସ୍ୱତନ୍ତ୍ର ଗଣରାଜ୍ୟରେ ପରିଣତ ହୋଇଥିଲା । ତେଣୁ ଏହି ଦିନକୁ ମନେପକାଇବା ପାଇଁ ପ୍ରତିବର୍ଷ ପନ୍ଦର ଅଗଷ୍ଟକୁ ଭାରତର ସ୍ୱାଧୀନତା ଦିବସ ଭାବରେ ପାଳନ କରାଯାଇଥାଏ । ଏହା ଭାରତର ଏକ ପ୍ରଧାନ ଜାତୀୟ ଦିବସ । ଦେଶ ସାରା, ଏହି ଦିନ ପତାକା ଉତ୍ତୋଳନ କରଯାଇଥାଏ ଓ ଉତ୍ସବମାନ ଅୟୋଜନ କରାଯାଇଥାଏ । ରାଜଧାନୀ ଦିଲ୍ଲୀରେ ଏହି ଦିନ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କ ନିମନ୍ତେ ଜାତୀୟ ପତାକା ଉତ୍ତୋଳନ କରି ଅଭିଭାଷଣ ଦେଇଥାନ୍ତି ଯାହା ଦେଶସାରା ଟି.ଭି.ରେ ଦେଖାଯାଇଥାଏ । ଏହି ଅଭିଭାଷଣରେ ସେ ଦେଶର ପ୍ରଗତି, ଅସୁବିଧା ଓ ତାହାର ସମାଧାନ ଓ ଆଗକୁ ହେବାକୁ ଥିବା ଉନ୍ନତି ଆଦି ବିଷୟରେ ବଖାଣିଥାନ୍ତି । ଭାରତୀୟ ସ୍ୱାଧୀନତା ସଂଗ୍ରାମ ଓ ସଂଗ୍ରାମୀମାନଙ୍କ ଉପରେ ମଧ୍ୟ ସେ ଅଭିଭାଷଣ ରଖିଥାନ୍ତି ।
ସୁରମା ପାଢ଼ୀ (ଜନ୍ମ: ୨୯ ଡିସେମ୍ବର ୧୯୬୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟି ରାଜନୈତିକ ଦଳ ସହ ସଂପୃକ୍ତ ଅଛନ୍ତି । ସୁରମା ଓଡ଼ିଶା ବିଧାନ ସଭାକୁ ଜଣେ ବିଧାୟିକା ଭାବରେ ନିର୍ବାଚିତ ହୋଇଥିଲେ । ୨୦୦୪ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ସମ୍ବିଧାନର ଧାରା ୩୭୦ ଜାମ୍ମୁ-କାଶ୍ମୀର ରାଜ୍ୟକୁ ଏକ ବିଶେଷ ରାଜ୍ୟର ମାନ୍ୟତା ଦେଇଥିଲା । ସମ୍ବିଧାନର ଭାଗ ୨୧ "ବିଶେଷ ଓ ସମାୟିକ ପ୍ରାବଧାନ" ଅନ୍ତର୍ଭୁକ୍ତ ଧାରା ୩୭୦ ଦ୍ୱାରା ଜାମ୍ମୁ କାଶ୍ମୀର ରାଜ୍ୟକୁ ବିଶେଷ ରାଜ୍ୟର କ୍ଷମତା ମିଳିଥିଲା । ଏହା ଯୋଗୁଁ ଜାମ୍ମୁ-କାଶ୍ମୀର ରାଜ୍ୟର ନିଜସ୍ୱ ସମ୍ବିଧାନ ତଥା ଜାତୀୟ ପତାକା ରହିଥିଲା । ଏହି ଧାରା ଜାମ୍ମୁ-କାଶ୍ମୀରର ସମ୍ବିଧାନ ପ୍ରଣୟନ ସଭାକୁ ଭାରତୀୟ ସମ୍ବିଧାନର ଯେ କୌଣସି ପ୍ରାବଧାନ ଜାମ୍ମୁ-କାଶ୍ମୀର ପ୍ରତି ପ୍ରଯୁଜ୍ୟ କରିବା କିମ୍ବା ଧାରା ୩୭୦ କୁ ସମ୍ପୂର୍ଣ୍ଣ ଭାବେ ନିଷିଦ୍ଧ କରିବାର କ୍ଷମତା ଦେଇଥିଲା । କିନ୍ତୁ ଜାମ୍ମୁ-କାଶ୍ମୀର ସମ୍ବିଧାନ ପ୍ରଣୟନ ସଭା ଏହି ଧାରା କୁ ନିଷିଦ୍ଧ କରିବା ପୂର୍ବରୁ ହିଁ ଭଙ୍ଗ କରିଦିଆଯାଇଥିଲା । ଫଳରେ ଏହି ଧାରା ଭାରତୀୟ ସମ୍ବିଧାନ ଏକ ସ୍ଥାୟୀ ଅଙ୍ଗ ରୂପେ ଗୃହୀତ ହୋଇଥିଲା ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ରାକ୍ଷୀ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମା ମୁଖ୍ୟତଃ ଏକ ହିନ୍ଦୁ ପର୍ବ ଯାହା ଭାରତରେ ଓ ଭାରତବାସୀଙ୍କଦ୍ୱାରା ପାଳନ କରାଯାଏ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ ଭଉଣୀ, ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ ଓ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ, ବଦଳରେ ଭାଇ, ତାର ଭଉଣୀକୁ ରକ୍ଷା କରିବାର ସଂକଳ୍ପ ନେଇଥାଏ ।ଏହି ପର୍ବ ଶ୍ରାବଣ ମାସର ପୂର୍ଣ୍ଣମୀ ଦିନ ପାଳନ କରାଯାଇଥାଏ । ତେବେ ଅନ୍ୟ ରାଜ୍ୟମାନଙ୍କରେ ଏହି ଶ୍ରାବଣ ପୂର୍ଣ୍ଣିମାର ପର୍ବ ଭିନ୍ନ ରୀତିରେ ପାଳିତ ହେଇଆସୁଛି । ଗୁଜରାଟ, ମହାରାଷ୍ଟ୍ର, ଗୋଆ, କର୍ଣ୍ଣାଟକ ଆଦି ସ୍ଥାନରେ ଶ୍ରାବଣ ପୂର୍ଣ୍ଣିମା ନାରିକେଳ ପୂର୍ଣ୍ଣିମା ଭାବେ ପାଳିତ ହେଇଥାଏ । ଏହି ଦିନ ସମୂଦ୍ର ଦେବତା ବରୁଣଙ୍କୁ ନାରିକେଳ ବା ନଡ଼ିଆ ପ୍ରଦାନ କରାଯାଏ । ଉପକୂଳବର୍ତ୍ତୀ ଅଞ୍ଚଳ, ବିଶେଷ କରି ଯେଉଁମାନେ ନିଜର ଗୁଜରାଣ ମେଣ୍ଟାଇବା ପାଇଁ ସମୁଦ୍ର ଉପରେ ନିର୍ଭର କରିଥାନ୍ତି ସେମାଙ୍କ ପାଇଁ ଏହି ପର୍ବ ଯଥେଷ୍ଟ ମହତ୍ତ୍ୱ ରଖେ । ଗୁଜରାଟରେ ଏହି ଦିନ ପବିତ୍ରୋପନ ମଧ୍ୟ ପାଳିତ ହୋଇଥାଏ । ଶ୍ରାବଣର ପ୍ରତି ସୋମବାର ଶିବ ମନ୍ଦିରରେ ଜଳଲାଗି ସହ ପୂର୍ଣ୍ଣମୀରେ ଏହି ପର୍ବ ବହୁତ ଆଡ଼ମ୍ବର ସହିତ ପାଳିତ ହେଇଥାଏ । ଉତ୍ତର ଭାରତରେ ଏହି ପର୍ବ କାଜରି ପୂର୍ଣ୍ଣିମା ଭାବେ ଜଣାଶୁଣା । ଭଲ ଫସଲ ଉତ୍ପାଦନ ପାଇଁ ଏହି ଦିନ ଦେବୀଙ୍କୁ ପୂଜା କରାଯାଇଥାଏ । ତେବେ ଏହା ସବୁ ସ୍ଥାନରେ ନୁହେଁ, ସ୍ଥାନୀୟ ଭାବେ ପାଳିତ ହୋଇଥାଏ । ଉତ୍ତର ପ୍ରଦେଶ, ମଧ୍ୟ ପ୍ରଦେଶ ଓ ଛତିଶଗଡ଼ର କେତେକ ସ୍ଥାନରେ ଏହା ପାଳିତ ହେଇଥାଏ । ତେବେ ଦକ୍ଷିଣ ଭାରତରେ ଏହି ତିଥିକୁ ଅବନୀ ଅୱିଟ୍ଟମ୍ ପାଳନ କରାଯାଇଥାଏ । ଏହାକୁ ଓଡ଼ିଶାର ବ୍ରାହ୍ମଣଶାସନରେ ଶ୍ରାବଣୀ ବେଦଉପାକର୍ମ ମଧ୍ୟ କୁହାଯାଏ । ବ୍ରାହ୍ମଣମାନେ ଏହିଦିନ ପବିତ୍ର ବୁଡ଼ ପକାଇ ଶ୍ଲୋକ ଉଚ୍ଚାରଣ ସହ ଯଜ୍ଞୋପବୀତ ଧାରଣ କରିଥାନ୍ତି । ବ୍ରାହ୍ମଣଙ୍କଦ୍ୱାରା କରାଯାଉଥିବା ଉତ୍ସବକୁ ବ୍ରହ୍ମୟଜ୍ଞ ମଧ୍ୟ କୁହାଯାଏ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ସିପ୍ରୋଫ୍ଲୋକ୍ସାସିନ୍ ଏକ ପ୍ରକାର ଆଣ୍ଟିବାୟୋଟିକ ଯାହା ବହୁ ସଂଖ୍ୟକ ଜୀବାଣୁ ସଂକ୍ରମଣ ନିମନ୍ତେ ବ୍ୟବହାର କରାଯାଏ । ଏହି ସଂକ୍ରମଣ ମଧ୍ୟରେ ଅସ୍ଥି ଓ ଗଣ୍ଠି ସଂକ୍ରମଣ, ଇଣ୍ଟ୍ରାଆବ୍ଡୋମିନାଲ/ପେଟ ସଂକ୍ରମଣ, କେତେକ ସଂକ୍ରମିତ ତରଳ ଝାଡ଼ା, ଫୁସ୍ଫୁସ୍ ନଳୀ ସଂକ୍ରମଣ, ଚର୍ମ ସଂକ୍ରମଣ, ଆନ୍ତ୍ରିକ ଜ୍ୱର(ଟାଇଫଏଡ) ଓ ମୂତ୍ରନଳୀ ସଂକ୍ରମଣ ପ୍ରଧାନ । କେତେକ ସଂକ୍ରମଣରେ ଅନ୍ୟାନ୍ୟ ଆଣ୍ଟିବାୟୋଟିକ ସହିତ ଏହି ଆଣ୍ଟିବାୟୋଟିକ ଦିଆଯାଏ । ଏହି ଔଷଧ ପାଟିରେ ଖିଆଯାଏ ବା ଶୀରାରେ ଦିଆଯାଏ । ସିପ୍ରୋଫ୍ଲୋକ୍ସାସିନ୍ର ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟା ଯଥାକ୍ରମେ ଅଇ, ବାନ୍ତି, ତରଳ ଝାଡ଼ା ଓ ରାସ୍ । ମ୍ୟାସ୍ଥେନିଆ ଗ୍ରାଭିସ ରୋଗ ଥିଲେ ସିପ୍ରୋଫ୍ଲୋକ୍ସାସିନ୍ଦ୍ୱାରା ମାଂସପେଶୀ ଦୂର୍ବଳ ହୋଇ ଟେଣ୍ଡନ/ପେଶୀରଜ୍ଜୁ ଛିଣ୍ଡିଯିବା ଆଶଙ୍କା ଥାଏ । ଏହାର ପାର୍ଶ୍ୱ ପ୍ରତିକ୍ରିୟା ହାର ସେଫାଲୋସ୍ପୋରିନ ଅପେକ୍ଷା ଅଧିକ ଓ କ୍ଲିଣ୍ଡାମାଇସିନ ଅପେକ୍ଷା କମ୍ ଥାଏ । ପଶୁମାନଙ୍କ ଗର୍ଭାବସ୍ଥାରେ ଏହି ଔଷଧ ଦେବାର ଅନୁଶୀଳନରୁ ଜଣାଯାଏ ଗର୍ଭାବସ୍ଥାରେ ଦେବା ଚିନ୍ତା ଜନକ ହୋଇପାରେ । କିନ୍ତୁ ଅଳ୍ପ ସଂଖ୍ୟକ ଔଷଧ ଗ୍ରହଣ କରିଥିବା ମହିଳାଙ୍କର ପିଲାମାନଙ୍କର କୌଣସି ସମସ୍ୟା ହୋଇନାହିଁ । ସ୍ତନ୍ୟପାନ ସମୟରେ ଏହା ବିପଦମୁକ୍ତ ଥିବା ଜଣାଯାଏ । ସିପ୍ରୋଫ୍ଲୋକ୍ସାସିନ୍ ଔଷଦ ଫ୍ଲୋରୋକୁଇନୋଲିନ ଦ୍ୱିତୀୟ ପିଢ଼ିର ଏକ ଔଷଧ ଯାହା ଏକ ବ୍ରଡ଼-ସ୍ପେକ୍ଟ୍ରମ ଆଣ୍ଟିବାୟୋଟିକ ।ସିପ୍ରୋଫ୍ଲୋକ୍ସାସିନ୍ ସନ ୧୯୮୭ରେ ପରିଚିତ ହୋଇଥିଲା । ଏହାର ନାମ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଅତ୍ୟାବଶ୍ୟକୀୟ ଔଷଧ ଚିଠାରେ ଅଛି ଯାହା ମୌଳିକ ସ୍ୱାସ୍ଥ୍ୟ ସିସ୍ଟମ ନିମନ୍ତେ ଅତି ମହତ୍ତ୍ୱପୂର୍ଣ୍ଣ । ଏହା ଜେନେରିକ ଔଷଧ ନାମରେ ଉପଲବ୍ଧ ହୁଏ ଓ ଦାମିକା ନୁହେଁ । ଏହାର ହୋଲସେଲ ମୂଲ୍ୟ ଡୋଜ ପିଛା ୦.୦୩ରୁ ୦.୧୩ ଆମେରିକୀୟ ଡଲାର । ଆମେରିକାର ଏହା ଡୋଜ ପିଛା ୦.୪୦ ଆମେରିକୀୟ ଡଲାର ।
ଗୁଜରାଟୀ ( /ˌɡʊdʒəˈrɑːti/; ગુજરાતી gujarātī [ɡudʒəˈɾɑːti]) ଏକ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତୀୟ ରାଜ୍ୟ ଗୁଜରାଟର ଅଧିବାସୀ ଏବଂ ପ୍ରଧାନତଃ ଗୁଜରାଟୀ ଭାଷାଭାଷୀଙ୍କଦ୍ୱାରା କଥିତ । ଗୁଜରାଟୀ ବୃହତ୍ତର ଇଣ୍ଡୋ-ଇଉରୋପୀୟ ଭାଷା ପରିଗୋଷ୍ଠୀର ଅଂଶ । ଗୁଜରାଟୀ ପୁରୁଣା ଗୁଜରାଟୀରୁ ସୃଷ୍ଟିହୋଇଛି (ପ୍ରାୟ ୧୧୦୦-୧୫୦୦ ଖ୍ରୀ) । ଭାରତରେ ଏହା ଗୁଜରାଟର ସରକାରୀ ଭାଷା ଓ ଡାମନ ଓ ଡିଉ ଓ ଦାଦ୍ରା ଓ ନଗର ହବେଳୀର କେନ୍ଦ୍ରଶାସିତ ଅଞ୍ଚଳର ସରକାରୀ ଭାଷା । ୨୦୧୧ ଜନଗଣନା ଅନୁସାରେ ଗୁଜରାଟୀ ଭାରତରେ ମୋଟ ଜନସଂଖ୍ୟାର ୬ଷ୍ଠ ସର୍ବାଧିକ କଥିତ ଭାଷା ଓ ଏହା ୫୫.୫ ମିଲିଅନ (୫.୫ କୋଟି) ଭାଷାଭାଷୀଙ୍କଦ୍ୱାରା କଥିତ ଯାହା ଭାରତର ମୋଟ ଜନସଂଖ୍ୟାର ପ୍ରାୟ ୪.୫% । ୨୦୦୭ ମସିହାର ଗଣନା ଅନୁସାରେ ଏହା ସ୍ଥାନୀୟ ଭାଷାଭାଷୀଙ୍କ ସଂଖ୍ୟା ଭିତ୍ତିରେ ବିଶ୍ୱର ୨୬ ତମ ସର୍ବାଧିକ କଥିତ ଭାଷା ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଲିନକ୍ସ (ଇଂରାଜୀ:linux) ଅଧିକାଂଶ କ୍ଷେତ୍ରରେ ଇଉନିକ୍ସ(UNIX) ପରି ମନେହୁଏ ଓ ଇଉନିକ୍ସ ପରି ଦେଖାଯାଏ । କିନ୍ତୁ ଲିନକ୍ସ , ଇଉନିକ୍ସ ଅପେକ୍ଷା ନୂଆ ଅଟେ । ଏହାର ଗଠନ ଆରମ୍ଭ ହେଲା ୧୯୯୧ରେ , ଯେତେବେଳେ ଜଣେ ଫିନ୍ (Finnish) ଛାତ୍ର "ଲିନସ ଟରୱାଲଡସ୍" (Linus Torvalds) ଲିନକ୍ସର ଲେଖା ଆରମ୍ଭ କଲେ, ୮୦୩୮୬ ପ୍ରୋସେସର ପାଇଁ ଏକ ଛୋଟିଆ କର୍ନେଲ(Kernel) ଟିଏ ।ବିକାଶର ପ୍ରାରମ୍ଭରୁ ହିଁ , ଲିନକ୍ସର ସୋର୍ସ୍ କୋଡ୍(Sorce Code) ମାଗଣାରେ ଇଣ୍ଟର୍ନେଟରେ ଉପଲବ୍ଧ ହେଉଥିଲା । ତଦ୍ଦ୍ୱାରା ଲିନକ୍ସର ଇତିହାସକୁ ସାରା ବିଶ୍ୱର ବ୍ୟବହାରକାରୀ ପରିପୃଷ୍ଠ କରି ଚାଲିଲେ । ପ୍ରଥମ କର୍ନେଲ, ଯେଉଁଥିରେ ଇଉନିକ୍ସ ସିଷ୍ଟମର ଅଳ୍ପ କିଛି ଅଂଶ ବ୍ୟବହାର କରଯାଇଥିଲା, କ୍ରମେ ଏହା ଇଉନିକ୍ସର ଅନ୍ୟାନ୍ୟ ବହୁତ ବିଭାଗକୁ ମିଶାଇ ଚାଲିଲା ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।ଜଳ ପୃଥିବୀପୃଷ୍ଟରେ ପ୍ରାକୃତିକ ଭାବେ ମିଳେ । ଜଳ ହେଉଛି ଏକମାତ୍ର ବସ୍ତୁ ଯାହା ସାଧାରଣ ତାପମାତ୍ରାରେ ୩ଟି ଅବସ୍ଥାରେ ରହେ । ଜଳର ୪୦ରୁ ଉର୍ଦ୍ଧ୍ୱ ବିଶେଷ ଜଳ ଘନିଭୂତ ହେଲେ ଏହାର ଆୟତନ ପାଖାପାଖି ୯% ବୃଦ୍ଧି ପାଏ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ଶ୍ରୀନିବାସ ରାମାନୁଜନ FRS ( pronunciation ) (୨୨ ଡିସେମ୍ବର ୧୯୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ ’ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
'ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ବା କୃଷ୍ଣ ଜନ୍ମାଷ୍ଟମୀ,kṛṣṇa janmāṣṭami), କୃଷ୍ଣାଷ୍ଟମୀ, ସାତମ୍ ଆଠମ୍, ଗୋକୁଳାଷ୍ଟମୀ, ଅଷ୍ଟମୀ ରୋହିଣୀ, ଶ୍ରୀକୃଷ୍ଣ ଜୟନ୍ତୀ, ଶ୍ରୀ ଜୟନ୍ତୀ ବା କେବଳ ଜନ୍ମାଷ୍ଟମୀ ନାମରେ ମଧ୍ୟ ଜଣାଶୁଣା । ବିଷ୍ଣୁଙ୍କର ଅବତାରୀ ପୁରୁଷ ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମଦିନକୁ ହିନ୍ଦୁମାନେ ଜନ୍ମାଷ୍ଟମୀ ରୂପେ ପାଳନ କରିଥାନ୍ତି । ଏହା ହିନ୍ଦୁ ପଞ୍ଜିକା ଅନୁସାରେ ଭାଦ୍ରବ ମାସ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ପାଳନ କରାଯାଏ । ଏଇ ଦିନ ଲଗ୍ନରେ ରୋହିଣୀ ନକ୍ଷତ୍ର ରହିଥାନ୍ତି । ଏହା ଗ୍ରେଗୋରିଆନ (ଇଂରାଜୀ) କ୍ୟାଲେଣ୍ଡରରେ ସର୍ବଦା ଅଗଷ୍ଟ ୧୫ରୁ ସେପ୍ଟେମ୍ବର ୧୫ ଭିତରେ ହିଁ ଆସିଥାଏ । ଉତ୍ତର ଭାରତ ଓ ଦକ୍ଷିଣ ଭାରତରେ ଗଣନା ପଦ୍ଧତିର ବୈଷମ୍ୟ ଯୋଗୁଁ ଏହାର ପାଳନ ଗୋଟିଏ ଦିନ ଆଗପଛ ହୋଇଥାଏ । ଯେପରିକି ୨୦୧୧ ମସିହାରେ ଉତ୍ତର ଭାରତରେ ଏହା ୨୨ ଅଗଷ୍ଟରେ ପାଳନ କରାଯାଇଥିଲେ ମଧ୍ୟ ଦକ୍ଷିଣ ଭାରତରେ (କେରଳାଦି ରାଜ୍ୟରେ) ୨୧ ଅଗଷ୍ଟରେ ପାଳିତ ହୋଇଥିଲା । ଭାଦ୍ର କୃଷ୍ଣାଷ୍ଟମୀ ଅର୍ଦ୍ଧରାତ୍ର ସମୟରେ ଜନ୍ମାଷ୍ଟମୀ ହିନ୍ଦୁ ଜଗତରେ ପାଳିତ ହୋଇଥାଏ । କିନ୍ତୁ ବିଷ୍ଣୁ ପୁରାଣରେ କୃଷ୍ଣଙ୍କର ଜନ୍ମ ଶ୍ରାବଣମାସ କୃଷ୍ଣ ଅଷ୍ଟମୀରେ ହୋଇଥିବାର ଉଲ୍ଲେଖ ରହିଛି । ମୁଖ୍ୟଚାନ୍ଦ୍ରମାସ ଓ ଗୌଣ ଚାନ୍ଦ୍ରମାସ ଗଣନା ଏ ପ୍ରଭେଦର କାରଣ ବୋଲି ଅନୁମେୟ । ଶ୍ରୀକୃଷ୍ଣ ମାନବ ସମାଜକୁ କର୍ମଯୋଗର ଶିକ୍ଷା ଦେଇଛନ୍ତି । ଶ୍ରୀମଦ୍ଭଗବଦଗୀତାରେ କର୍ମ ଅନୁସାରେ ଫଳ ମିଳିବ ବୋଲି ସେ ଉଲ୍ଲେଖ କରିଛନ୍ତି। ତେଣୁ ଜନ୍ମାଷ୍ଟମୀର ପାଳନ ଅବସରରେ ଜଣେ ପ୍ରକୃତ କର୍ମଯୋଗୀ ହେବାପାଇଁ ଶପଥ ନିଆଯାଏ। ଫଳର ଆଶା ନ ରଖି ବିଶ୍ୱର ସେବା କରିବା ହେଉଛି ପ୍ରକୃତ କର୍ମଯୋଗ । ଗୀତାରେ ଶ୍ରୀକୃଷ୍ଣଙ୍କ ପ୍ରଦର୍ଶିତ ପଥ ଅନୁସରଣ କରି ଯେ କେହି ସ୍ଥିତପ୍ରଜ୍ଞ ହୋଇପାରେ । ମହାପୁରୁଷମାନେ ଦେଖାଇଦେଇଥିବା ପଥରେ ଯାଇ ଇତରଲୋକେ ସୁଖ, ଶାନ୍ତି ଓ ସମୃଦ୍ଧିକୁ ସହଜରେ ହାସଲ କରିପାରିବେ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ୱତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହାଦ୍ୱାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ୱ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ପ୍ରମିଳା ମଲ୍ଲିକ (ଜନ୍ମ: ୪ ମାର୍ଚ୍ଚ ୧୯୬୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ୧୯୯୦ ମସିହାରେ ସେ ଓଡ଼ିଶା ବିଧାନ ସଭାର ୧୦ମ ସଭାକୁ ଜନତା ଦଳର ପ୍ରତିନିଧି ଭାବରେ ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ପ୍ରଥମ ଥର ପାଇଁ ନିର୍ବାଚିତ ହୋଇଥିଲେ । ପରବର୍ତ୍ତୀ ସମୟରେ ସେ ପୁଣିଥରେ ୨୦୦୦ ମସିହା ଓଡ଼ିଶା ସାଧାରଣ ନିର୍ବାଚନରେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ସେହି ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ଏହାପରେ ସେ ଲଗାତାର ୨୦୦୪ ମସିହାରେ ୧୩ଶ, ୨୦୦୯ ମସିହାରେ ୧୪ଶ ଏବଂ ୨୦୧୪ ମିସିହାରେ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ପ୍ରମିଳା ପ୍ରଥମଥର ପାଇଁ ୨୦୦୪ ମସିହାରେ ୧୩ଶ ଓଡ଼ିଶା ବିଧାନ ସଭାର ମନ୍ତ୍ରୀମଣ୍ଡଳରେ ମନ୍ତ୍ରୀ ହୋଇଥିଲେ । ସେ ମହିଳା ଓ ଶିଶୁ ବିକାଶ ବିଭାଗର ମନ୍ତ୍ରୀ ଥିଲେ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ଭୁଟାନ ଦକ୍ଷିଣ ଏସିଆ ମହାଦେଶର ଭୁ-ପରିବେଷ୍ଟିତ ଏକ ଦେଶ। ଏହା ହିମାଳୟର ପୂର୍ବ ପାର୍ଶ୍ୱରେ ଅବସ୍ଥିତ।ଏହାର ଉତ୍ତରକୁ ଚୀନର ସ୍ୱାୟତ୍ତ ଅଞ୍ଚଳ ତିବେତ,ଭାରତର ସିକିମ୍ ରାଜ୍ୟ,ପଶ୍ଚିମକୁ ତିବେତ୍ର ଚୁମ୍ବି,ପୂର୍ବକୁ ଭାରତର ଅରୁଣାଞ୍ଚଳ ପ୍ରଦେଶ ଓ ଦକ୍ଷିଣକୁ ଭାରତର ଆସାମ ଘେରି ରହିଛି। ଭୂଟାନ ଦକ୍ଷିଣ ଏସିଆରେ ଅବସ୍ଥିତ ଓ ମାଲଦିଭେସ ପରେ ଏହା ଦ୍ୱିତୀୟ ଅଳ୍ପ ଜନାକୀର୍ଣ୍ଣ ଦେଶ।ଥିମ୍ପୁ ଏହାର ରାଜ୍ୟ ଓ ବୃହତ୍ତମ ସହର ଅଟେ ଯେଉଁଠାରେକି ଫୁଣ୍ଟସୋଲିଙ୍ଗ ଏହାର ଅର୍ଥନୈତିକ କ୍ଷେତ୍ର। ଏହା ତା'ର ଇତିହାସରେ କେବେ ମଧ୍ୟ ଉପନିବେଶ ସ୍ଥାପନ କରିପାରିନାହିଁ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ୱରୂପରାଣୀ ଥିଲା । ସେ ସ୍ୱାଧିନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ନରେନ୍ଦ୍ର ଦାମୋଦରଦାସ ମୋଦୀ (ଜନ୍ମ: ୧୭ ସେପ୍ଟେମ୍ବର ୧୯୫୦) ଭାରତର ୧୫ମ ପ୍ରଧାନମନ୍ତ୍ରୀ । ସେ ଭାରତୀୟ ଜନତା ପାର୍ଟିର ଜଣେ ପ୍ରମୁଖ ସଦସ୍ୟ। ସେ ୨୦୧୪ ଲୋକ ସଭା ନିର୍ବାଚନରେ ଭାରତର ପ୍ରମୁଖ ବିପକ୍ଷ ଦଳ ଭାରତୀୟ ଜନତା ପାର୍ଟି ତରଫରୁ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ଗଠବନ୍ଧନର ପ୍ରଧାନମନ୍ତ୍ରୀ ପ୍ରାର୍ଥୀଭାବେ ନିର୍ବାଚନ ଲଢିଥିଲେ ଏବଂ ଉତ୍ତର ପ୍ରଦେଶ ଓ ଗୁଜରାଟରୁ ଯଥାକ୍ରମେ ବାରଣାସୀ ଓ ଭଦୋଦରାରୁ ବିଜୟୀ ହୋଇଥିଲେ । ୧୯୯୮ ମସିହାରେ ଭାରତୀୟ ଜନତା ପାର୍ଟିର ନେତା ଲାଲ କୃଷ୍ଣ ଆଡ଼ଭାନୀଙ୍କଦ୍ୱାରା ଗୁଜରାଟ ଏବଂ ହିମାଚଳ ପ୍ରଦେଶର ନିର୍ବାଚନ ପ୍ରଚାର ପାଇଁ ପସନ୍ଦ କରାଯାଇଥିଲା । ୨୦୦୧ ମସିହାରେ ଗୁଜରାଟର ପୂର୍ବତନ ମୂଖ୍ୟମନ୍ତ୍ରୀ କେଶୁଭାଇ ପଟେଲ ଇସ୍ତଫା ଦେବାପରେ ସେ ମୂଖ୍ୟମନ୍ତ୍ରୀ ଭାବେ ୨୦୦୧ ଅକ୍ଟୋବର ୭ ତାରିଖରେ ଶପଥ ଗ୍ରହଣ କରିଥିଲେ । ପୁନର୍ବାର ୨୦୦୭ ଗୁଜରାଟ ବିଧାନ ସଭା ନିର୍ବାଚନରେ ବିପୁଳ ସମର୍ଥନରେ ବିଜୟୀ ହୋଇ ସେ ତୃତୀୟ ଥର ପାଇଁ ମୂଖ୍ୟମନ୍ତ୍ରୀ ହୋଇଥିଲେ । ସେ ଉଭୟ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ଜଣେ ବିବାଦୀୟ ବ୍ୟକ୍ତି। ଷାଠିଏ ଦଶକର ମଧ୍ୟ ଭାଗରେ ଭାରତ ପାକିସ୍ତାନ ଯୁଦ୍ଧ ସମୟରେ କିଶୋର ଅବସ୍ଥାରେ ଥାଇ ସୁଦ୍ଧା ସେ ସ୍ୱେଚ୍ଛାକୃତ ଭାବରେ ରେଳ ଷ୍ଟେସନରେ ରହିଥିବା ସୈନିକ ମାନଙ୍କୁ ସେବା ଯୋଗାଇ ଦେଇଥିଲେ। ୧୯୬୭ରେ ସେ ଗୁଜରାଟରେ ବନ୍ୟା ପ୍ରଭାବିତ ଅଞ୍ଚଳର ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିଥିଲେ। ତାଙ୍କ ମଧ୍ୟରେ ସାଂଗଠନିକ ଦକ୍ଷତା ଭରି ରହିଥିଲା ଏବଂ ସେ ଲୋକମାନଙ୍କର ଭାବାବେଗକୁ ଭଲ ଭାବରେ ବୁଝିପାରୁଥିଲେ। ସେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି)ରେ ଯୋଗ ଦେଇ ସେବା କାର୍ଯ୍ୟ ଆରମ୍ଭ କରିଥିଲେ ଏବଂ ଗୁଜରାଟର ବିଭିନ୍ନ ସାମାଜିକ-ରାଜନୈତିକ ଘଟଣାଗୁଡ଼ିକରେ ଏକ ଗୁରୁତ୍ୱପୂର୍ଣ ଭୂମିକା ନିର୍ବାହ କରିଥିଲେ।
ତଥ୍ୟ, ଗୁଣାତ୍ମକ ଓ ପରିଣାତ୍ମକ ପରିବର୍ତ୍ତନଶୀଳ ରାଶିମାନଙ୍କର ସଂଗ୍ରହକୁ ବୁଝାଇଥାଏ | ତଥ୍ୟ ଏବଂ ସୂଚନା ଅନେକ ସମୟରେ ପରସ୍ପର ଜାଗାରେ ବ୍ୟବହୃତ ହୋଇଥାନ୍ତି | ତଥ୍ୟ, ସୂଚନା ଓ ଜ୍ଞାନ ହେଉଛି ପରସ୍ପର ସମ୍ବନ୍ଧୀୟ ଅବଧାରଣା | ତଥ୍ୟ ସାଧାରଣତଃ ଯେ କୌଣସି କ୍ଷେତ୍ରରେ ଗବେଷଣା ପାଇଁ ଉପଯୋଗ ହୋଇଥାଏ | ଏହା ବିଭିନ୍ନ ବୈଜ୍ଞାନିକ ସଂସ୍ଥାନ, ଅନୁଷ୍ଠାନ ଓ ବାଣିଜ୍ୟ କ୍ଷେତ୍ର (ବିକ୍ରି ତଥ୍ୟ, ରାଜସ୍ୱ ତଥ୍ୟ ଓ ବିକ୍ରୟ ପାଇଁ ଗଚ୍ଛିତ ଦ୍ରବ୍ୟର ମୂଲ୍ୟ ) ଇତ୍ୟାଦିରୁ ସଂଗ୍ରହ କରାଯାଇଥାଏ | ହ୍ୟାକିଂଦ୍ୱାରା ତଥ୍ୟ ଚୋରିରେ ବିଶ୍ୱରେ ଭାରତ ଦ୍ୱିତୀୟ ସ୍ଥାନରେ ଅଛି । ପ୍ରଥମ ସ୍ଥାନରେ ଯୁକ୍ତରାଷ୍ଟ୍ର ଆମେରିକା ଅଛି ।
ସାର୍ ଚନ୍ଦ୍ରଶେଖର ଭେଙ୍କଟ ରମଣ (୭ ନଭେମ୍ବର ୧୮୮୮ - ୨୧ ନଭେମ୍ବର ୧୯୭୦) ଜଣେ ଭାରତୀୟ ପଦାର୍ଥ ବିଜ୍ଞାନୀ ଥିଲେ । ୧୯୩୦ ମସିହାରେ ଆଲୋକ ପ୍ରତିସରଣ ଉପରେ ଗବେଷଣା (ରମଣ ପ୍ରଭାବ) ପାଇଁ ନୋବେଲ ପୁରସ୍କାର ପ୍ରଦାନ କରଯାଇଥିଲା । ସେ ଆବିଷ୍କାର କରିଥିଲେ ଯେ ଆଲୋକ ରଶ୍ମି ଯେତେବେଳେ ଗୋଟିଏ ସ୍ଵଚ୍ଛ ପଦାର୍ଥ ଦେଇ ଅତିିିିକ୍ରମ କରେ , କିଛି ଆଲୋକ ରଶ୍ମି ବିଚ୍ଛୁରିତ ହୋଇଯାନ୍ତି ଏବଂ ତାଙ୍କର ଦୈର୍ଘ୍ୟ ଓ ବିସ୍ତୃତି ରେ ପରିବର୍ତ୍ତନ ହୁଏ ।ଏହି ପ୍ରତ୍ୟକ୍ଷ ଭାବେ ପରିପ୍ରକାଶ ଘଟଣା କୁ ରମଣ ବିିିିଚ୍ଛୁରଣ କୁହାଯାଏ, ଯାହାକି ରମଣ ପ୍ରଭାବ ଦ୍ଵାରା ହୋଇଥାଏ । ୧୯୫୪ ରେ ଭାରତ ସରକାର ତାଙ୍କୁ ଭାରତ ରତ୍ନ ସମ୍ମାନ ରେ ସମ୍ମାନିତ କରିଥିଲେ ।
୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏହି ଦିନଟିକୁ ସାଧାରଣତନ୍ତ୍ର ଦିବସ ରୂପେ ପାଳନ କରାଯାଏ । ସାଧାରଣତନ୍ତ୍ର ଦିବସରେ ରାଷ୍ଟ୍ରପତି ରାଜଧାନୀ ଦିଲ୍ଲୀର ଲାଲକିଲ୍ଲା ଦୁର୍ଗଠାରେ ଜାତୀୟ ପତାକା ଉତ୍ତୋଳନ କରି ଭାରତୀୟ ସାମରିକ ବାହିନୀ,ଅର୍ଦ୍ଧ ସାମରିକ ବାହିନୀ,ପୁଲିସ ବାହିନୀ ଓ ଦେଶର ବିଭିନ୍ନ ଅଂଚଳରୁ ଆସିଥିବା କ୍ୟାଡେଟ ମାନଙ୍କଠାରୁ ପ୍ୟାରେଡ଼ ଅଭିବାଦନ ଗ୍ରହଣ କରନ୍ତି ।
ହିରୋଇନ (ଇଂରାଜୀ ଭାଷାରେ Heroin ଅନ୍ୟ ନାମ diamorphine, ଏକ ଓପିଅଏଡ (opioid) ଯାହା ଏକ ଆନନ୍ଦବର୍ଦ୍ଧକ ଗୁଣ ଯୋଗୁ ଏକ ମନୋରଞ୍ଜନକାରୀ ଔଷଧ (recreational drug) ରୂପେ ବ୍ୟବହାର କରାଯାଏ । ଡାକ୍ତରୀ ଚିକିତ୍ସାରେ ଏହା ଏକ କଷ୍ଟ ନିବାରକ ଔଷଧ ଓ ଦୀର୍ଘକାଳୀନ ଓପିଅଏଡ ପ୍ରତିସ୍ଥାପନ ଥେରାପିରେ କାଉନସେଲିଙ୍ଗ ସହିତ ବ୍ୟବହାରକାରୀଙ୍କୁ ରକ୍ଷଣାବେକ୍ଷଣ ବା ମେଣ୍ଟେନାନ୍ସ ନିମନ୍ତେ ଦିଆଯାଏ । ହିରୋଇନ ଶିରାଭ୍ୟନ୍ତରରେ (injection into a vein) ଦିଆଯାଏ କିନ୍ତୁ ଏହାର ଧୂମ୍ର ପାନ କରିହୁଏ ବା ଏହାକୁ ଆଘ୍ରାଣ କରିହୁଏ । ଏହା ପ୍ରଭାବ ତୁରନ୍ତ ଆରମ୍ଭ ହୁଏ ଓ କିଛି ଘଣ୍ଟା ପର୍ଯ୍ୟନ୍ତ ରହେ ।ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟା ମଧ୍ୟରେ ଶ୍ୱାସକ୍ରିୟା କମିଯାଏ ଓ ହିରୋଇନ ନେଉଥିବା ଲୋକଙ୍କ ମଧ୍ୟରୁ ଏକ ଚତୁର୍ଥାଂଶ ଲୋକ ନିର୍ଭରଶୀଳ (physically dependent) ହୋଇଯାଆନ୍ତି । ଅନ୍ୟାନ୍ୟ ପାର୍ଶ୍ୱ ପ୍ରତିକ୍ରିୟା ମଧ୍ୟରେ ପୂଜ ଜମିବା, ଏଣ୍ଡୋକାର୍ଡ଼ାଇଟିସ (infected heart valves), ରକ୍ତବାହୀ ସଂକ୍ରମଣ, କୋଷ୍ଠକାଠିନ୍ୟ ଓ ନିମୋନିଆ ମୂଖ୍ୟତଃ ଦେଖାଯାଏ । ଦୀର୍ଘକାଳୀନ ବ୍ୟବହାରର ଇତିହାସ ଥିଲେ ବ୍ୟବହାର ବନ୍ଦ କରିବାର କିଛି ଘଣ୍ଟା ମଧ୍ୟରେ ପ୍ରତ୍ୟାହାର ଲକ୍ଷଣ ବାହାରିବା ଆରମ୍ଭ ହୋଇଯାଏ । ଶିରାଭ୍ୟନ୍ତର ସଂଚାଳନ ପରେ ସମତୁଲ ମାତ୍ରାର ମର୍ଫିନ ଅପେକ୍ଷା ହିରୋଇନର ପ୍ରଭାବ ୨ରୁ ୩ଗୁଣ ଅଧିକ ହୁଏ । ଧଳା ବା ମାଟିଆ ରଙ୍ଗର ପାଉଡର ଆକାରରେ ହିରୋଇନ ମିଳେ । ହିରୋଇନ ଚିକିତ୍ସାରେ ନିଶା ଚିକିତ୍ସା (heroin addiction) ସହିତ ବ୍ୟବହାରିକ ଥେରାପି (behavioral therapy) ଓ ଔଷଧ ଦିଆଯାଏ । ଏଥିରେ ମେଥାଡନ ବା ନାଲଟ୍ରେକ୍ସନ (naltrexone) ଔଷଧ ବ୍ୟବହାର କରାଯାଏ । ହିରୋଇନ ଅଧିକ ମାତ୍ରା ହୋଇଥିଲେ ନାଲୋକ୍ସୋନ (naloxone) ଦେଇ ଚିକିତ୍ସା କରାଯାଏ । ହିସାବ ଅନୁସାରେ ପ୍ରାୟ ୧୭ ନିୟୁତ ଲୋକ ଅଧୁନା ହିରୋଇନ ସେବନ କରୁଛନ୍ତି ଓ ଏତଦ୍ୱାରା ସନ ୨୦୧୫ରେ ୧୨୨,୦୦୦ମୃତ୍ୟୁ ହୋଇଛି । ଯୁକ୍ତରାଷ୍ଟ୍ର ଆମେରିକାର ୧.୬% ଲୋକ କୌଣସି ସମୟରେ ହିରୋଇନ ସେବନ କରୁଛନ୍ତି । ଔଷଧ ସମ୍ପର୍କୀୟ ମୃତ୍ୟୁ ମଧ୍ୟରେ ଓପିଅଏଡ ସର୍ବାଧିକ ସାଧାରଣ କାରଣ ହୋଇଛି ।ସନ ୧୮୭୪ରେ ଚାର୍ଲସ ରୋମଲେ ଆଲଡର ରାଇଟ ପ୍ରଥମେ ପାପାଭର ସୋମ୍ନିଫେରମର (opium poppy) ପ୍ରାକୃତିକ ଉପାଦାନ ମର୍ଫିନରୁ ହିରୋଇନ ପ୍ରସ୍ତୁତ କରିଥିଲେ । ଆନ୍ତର୍ଜାତୀୟ କ୍ଷେତ୍ରରେ ହିରୋଇନ ଏକ ନିୟନ୍ତ୍ରିତ ଔଷଧ । ଏହାର ତିଆରି, ବିନା ଲାଇସେନ୍ସରେ ବିକ୍ରୟ ବେଆଇନ (illegal) । ସନ ୨୦୧୫ରେ ପୃଥିବୀରେ ଉତ୍ପାଦିତ ସମୁଦାୟ ଅଫିମର ୬୬% କେବଳ ଆଫଗାନିସ୍ଥାନ ଦେଶରେ ପ୍ରସ୍ତୁତ ହୋଇଥିଲା । ଅନେକ ସମୟରେ ବେଆଇନ ଭାବରେ ବିକ୍ରୟ କରାଯାଉଥିବା ହିରୋଇନ ସହିତ ଚିନି ବା ସ୍ଟ୍ରିକନିନ (strychnine) ମଶ୍ରିତ କରାଯାଏ ।
ଭାରତୀୟ ମହାକାଶ ଗବେଷଣା ସଂସ୍ଥା ବା ଇସ୍ରୋ ହେଉଛି ଭାରତ ସରକାରଙ୍କ ପ୍ରମୁଖ ମହାକାଶ ପ୍ରାଧିକରଣ । ଏହା ପୃଥିବୀର ଛଅଟି ବଡ ସରକାରୀ ମହାକାଶ ପ୍ରାଧିକରଣ ମଧ୍ୟରୁ ଅନ୍ୟତମ ଯଥା: ଆମେରିକାର ନାସା (NASA), ଋଷିଆର RKA, ଇଉରୋପର ଇସା (ESA), ଚୀନର ସିନସଏ (CNSA) ଓ ଜାପାନର JAXA । ଏହି ସଂଗଠନର ମୂଳ ଉଦ୍ଦେଶ୍ୟ ହେଲା - ମହାକାଶ ତଥା ଗ୍ରହଜଗତ ସମ୍ବନ୍ଧରେ ତାତ୍ତ୍ୱିକ ଗବେଷଣା, ଅତ୍ୟାଧୁନିକ ମହାକାଶୀୟ ପ୍ରଯୁକ୍ତି ବିଦ୍ୟାର ଉନ୍ନତିକରଣ ଓ ଦେଶର ଉନ୍ନତିରେ ମହାକାଶର ପ୍ରୟୋଗ ।ଏହା ୧୯୬୯ରେ ପ୍ରତିଷ୍ଠା ହୋଇଥିଲା । ଭାରତୀୟ ରାଷ୍ଟ୍ରୀୟ ଅନ୍ତରୀକ୍ଷ ଅନୁସନ୍ଧାନ ସମିତି (INCOSPAR) ବଦଳରେ ସ୍ଥାପିତ ହୋଇଥିଲା । ଇସ୍ରୋ ମୁଖ୍ୟ କାର୍ଯାଳୟ ବାଙ୍ଗାଲୋରଠାରେ ଅବସ୍ଥିତ । ଏହା ଭାରତ ସରକାରଙ୍କ ମହାକାଶ ବିଭାଗ ଅନ୍ତର୍ଗତ ଅଟେ, ଯାହାକି ବର୍ତମାନ ପ୍ରଧାନମନ୍ତ୍ରୀଙ୍କ ଅଧୀନରେ କାର୍ଯ୍ୟ କରୁଅଛି । ଇସ୍ରୋକୁ ପ୍ରତିଷ୍ଠା କରିବାରେ ଡକ୍ଟର ବିକ୍ରମ ଅମ୍ବାଲାଲ୍ ସରାଭାଇଙ୍କର ଉଲ୍ଲେଖନୀୟ ଯୋଗଦାନ ଓ ଆପ୍ରାଣ ପ୍ରଚେଷ୍ଟା ଯୋଁଗୁ ତାଙ୍କୁ ଭାରତୀୟ ମହାକାଶ କାର୍ଯ୍ୟକ୍ରମର ଜନକ ବୋଲି କୁହାଯାଏ ।
ବନ୍ଦେ ମାତରମ ଏକ ରାଷ୍ଟ୍ର ଭକ୍ତି କବିତା ଯାହା ବଙ୍କିମ ଚନ୍ଦ୍ର ଚଟୋପାଧ୍ୟାୟଙ୍କଦ୍ୱାରା ୧୮୮୨ ମସିହାରେ ଆନନ୍ଦ ମଠ ଉପନ୍ୟାସରେ ଲେଖାଯାଇଥିଲା । ଏହା ସଂସ୍କୃତ ଓ ବଙ୍ଗଳା ଭାଷାର ମିଶାମିଶି ଭାଷାରେ ଲେଖାଯାଇଥିଲା । ଏହି କବିତାଟି ଏକ ଜଣାଣ ଅଟେ ଯେଉଁଥିରେ ମା ଦୁର୍ଗାଙ୍କୁ ଭାରତ ମାତାଙ୍କ ଅବତାର ସହିତ ତୁଳନା କରି ତାଙ୍କ ବନ୍ଦନା କରାଯାଇଛି । ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଏହି କବିତାର ଭୂମିକା ଅନେକ । ଏହି କବିତାଟିକୁ ପ୍ରଥମ ଥର ପାଇଁ ରବୀନ୍ଦ୍ରନାଥ ଠାକୁର ୧୮୯୬ର କଂଗ୍ରେସ ଅଧିବେସନରେ ଆବୃତ୍ତି କରିଥିଲେ । ୧୯୫୦ରେ ଭାରତ ଯେତବେଳେ ଏକ ଗଣତାନ୍ତ୍ରିକ ଦେଶ ଭାବେ ପରିଚୟ ପାଇଲା ସେତବେଳେ ଏହି କବିତାର ଦୁଇଟି ଛନ୍ଦ ସରକାରୀ ଭାବରେ ଭାରତ ଗଣରାଜ୍ୟର ରାଷ୍ଟ୍ର ଗାନ କରିଦିଆଗଲା ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।