ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଇଲୋକ୍ଟ୍ରୋନିକ ମେଲ ବା ଡାକ, ସାଧାରଣତଃ ଇମେଲ ବୋଲି ୧୯୯୩ ମସିହାରୁ ଜଣାଯାଏ । ଏହାଦ୍ୱାରା ଇଣ୍ଟରନେଟ ମାଧ୍ୟମରେ ଗୋଟିଏ ବ୍ୟବହାରକାରୀ ଅନ୍ୟ ଏକ ବ୍ୟବହାରକାରୀକୁ ବାର୍ତ୍ତା, ରେକର୍ଡ କରାଯାଇଥିବା ବାର୍ତ୍ତା, ଛବି , ଭିଡିଓ ଆଦି ପଠାଇ ପାରିବ । ପୂର୍ବରୁ ତତ୍-କ୍ଷଣାତ ବାର୍ତ୍ତାବାହ ଭଳି ବାର୍ତ୍ତା ପଠାଳୀ ଓ ବାର୍ତ୍ତା ଗ୍ରହଣକାରୀ ଦୁଇ ଜଣକୁ ଏକା ସମୟରେ ଅନଲାଇନ ରହିବାକୁ ପଡୁଥିଲା । କିନ୍ତୁ ବର୍ତ୍ତମାନ store-and-forward (ସଞ୍ଚୟ କରି ଆଗକୁ ବଢିବା) ପ୍ରକ୍ରିୟାକୁ ଆଧାରିତ କରି ପ୍ରସ୍ତୁତ କରାଯାଇଥିବାରୁ ଏକ ସମୟରେ ଦୁଇ ଜଣଙ୍କୁ ଅନଲାଇନ ରହିବା ଆବଶ୍ୟକ ପଡୁନାହିଁ ।
ବାମ୍ଫୀ (ଇଂରାଜୀରେ Stepwells) ହେଉଛି ସୋପାନବିଶିଷ୍ଟ ବଡ଼ କୂପ । ବାମ୍ଫୀରେ ଭୂପୃଷ୍ଠରୁ ଜଳସ୍ତର ପର୍ଯ୍ୟନ୍ତ ତଳକୁ ତଳକୁ ପାହାଚ ରହିଥାଏ ଯାହାକୁ ଓହ୍ଲାଇ ଜଳ ପାଖରେ ପହଞ୍ଚି ହେବ । ଭାରତୀୟ ଉପମହାଦ୍ଵୀପରେ ପ୍ରଥମେ ବାମ୍ଫୀ ନିର୍ମାଣ କରାଯାଇଥିବାର ଅନୁମାନ କରାଯାଏ । କେତେକ ବାମ୍ଫୀ ଅତି ବିରାଟ ଓ ତାହା ଅଟ୍ଟାଳିକା ପରି ବହୁତଳବିଶିଷ୍ଟ ହୋଇଥାଏ । ଏପରି ବାମ୍ଫୀରେ ବଳଦ ଦ୍ଵାରା ଏକ ଚକ ବା ପୁଲି ବୁଲାଯାଇ ବିଭିନ୍ନ ସ୍ତରରେ ଜଳ ବାହାର କରାଯାଇଥାଏ । ଭାରତର ବିଭିନ୍ନ ସ୍ଥାନରେ (ମୁଖ୍ୟତଃ ପଶ୍ଚିମ-ଭାରତ) ଓ ପାକିସ୍ତାନର ବିଭିନ୍ନ ସ୍ଥାନରେ ବିଶାଳକାୟ ବାମ୍ଫୀମାନ ରହିଛି । ଅଧିକାଂଶ ବାମ୍ଫୀ ସାଧାରଣ ଲୋକଙ୍କ ବ୍ୟବହାର ପାଇଁ ନିର୍ମିତ ହୋଇଥିବା ବେଳେ, କିଛି ମନ୍ଦିରର ଜଳ ଆବଶ୍ୟକତା ପାଇଁ ନିର୍ମିତ ହୋଇଥିଲା । କିଛି ବାମ୍ଫୀ ପ୍ରତ୍ନତାତ୍ତ୍ଵିକ ଦୃଷ୍ଟିକୋଣରୁ ଗୁରୁତ୍ଵପୂର୍ଣ୍ଣ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଶ୍ରୀନିବାସ ରାମାନୁଜନ FRS ( pronunciation ) (୨୨ ଡିସେମ୍ବର ୧୯୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ ’ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ସମ୍ବିଧାନର ଧାରା ୩୭୦ ଜାମ୍ମୁ-କାଶ୍ମୀର ରାଜ୍ୟକୁ ଏକ ବିଶେଷ ରାଜ୍ୟର ମାନ୍ୟତା ଦେଇଥିଲା । ସମ୍ବିଧାନର ଭାଗ ୨୧ "ବିଶେଷ ଓ ସମାୟିକ ପ୍ରାବଧାନ" ଅନ୍ତର୍ଭୁକ୍ତ ଧାରା ୩୭୦ ଦ୍ୱାରା ଜାମ୍ମୁ କାଶ୍ମୀର ରାଜ୍ୟକୁ ବିଶେଷ ରାଜ୍ୟର କ୍ଷମତା ମିଳିଥିଲା । ଏହା ଯୋଗୁଁ ଜାମ୍ମୁ-କାଶ୍ମୀର ରାଜ୍ୟର ନିଜସ୍ୱ ସମ୍ବିଧାନ ତଥା ଜାତୀୟ ପତାକା ରହିଥିଲା । ଏହି ଧାରା ଜାମ୍ମୁ-କାଶ୍ମୀରର ସମ୍ବିଧାନ ପ୍ରଣୟନ ସଭାକୁ ଭାରତୀୟ ସମ୍ବିଧାନର ଯେ କୌଣସି ପ୍ରାବଧାନ ଜାମ୍ମୁ-କାଶ୍ମୀର ପ୍ରତି ପ୍ରଯୁଜ୍ୟ କରିବା କିମ୍ବା ଧାରା ୩୭୦ କୁ ସମ୍ପୂର୍ଣ୍ଣ ଭାବେ ନିଷିଦ୍ଧ କରିବାର କ୍ଷମତା ଦେଇଥିଲା । କିନ୍ତୁ ଜାମ୍ମୁ-କାଶ୍ମୀର ସମ୍ବିଧାନ ପ୍ରଣୟନ ସଭା ଏହି ଧାରା କୁ ନିଷିଦ୍ଧ କରିବା ପୂର୍ବରୁ ହିଁ ଭଙ୍ଗ କରିଦିଆଯାଇଥିଲା । ଫଳରେ ଏହି ଧାରା ଭାରତୀୟ ସମ୍ବିଧାନ ଏକ ସ୍ଥାୟୀ ଅଙ୍ଗ ରୂପେ ଗୃହୀତ ହୋଇଥିଲା ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
କିମ୍ବଦନ୍ତୀ ହକି ଖେଳାଳୀ ସ୍ୱର୍ଗତ ମେଜର ଧ୍ୟାନଚାନ୍ଦଙ୍କ ଜନ୍ମଦିବସ ଅଗଷ୍ଟ ୨୯କୁ ଭାରତ ସରକାରଙ୍କ କ୍ରୀଡ଼ା ଓ ଯୁବସେବା ମନ୍ତ୍ରଣାଳୟ ପ୍ରତିବର୍ଷ ଜାତୀୟ କ୍ରୀଡ଼ା ଦିବସ ପାଳନ କରୁଛନ୍ତି ।୧୯୯୫ ମସିହା ଠାରୁ ପ୍ରତ୍ୟେକ ବର୍ଷ ଅଗଷ୍ଟ ୨୯କୁ ଜାତୀୟ କ୍ରୀଡ଼ା ଦିବସ ରୂପେ ପାଳିତ ହେଉଛି । ଏହି ଦିନ ଭାରତର ରାଷ୍ଟ୍ରପତି କ୍ରୀଡ଼ା କ୍ଷେତ୍ରରେ ଉତ୍କର୍ଷତା ନିମନ୍ତେ ଶ୍ରେଷ୍ଠ କ୍ରୀଡ଼ାବିତଙ୍କୁ ବିଭିନ୍ନ ପୁରସ୍କାର ପ୍ରଦାନ କରିଥାନ୍ତି ।
ସୁରମା ପାଢ଼ୀ (ଜନ୍ମ: ୨୯ ଡିସେମ୍ବର ୧୯୬୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟି ରାଜନୈତିକ ଦଳ ସହ ସଂପୃକ୍ତ ଅଛନ୍ତି । ସୁରମା ଓଡ଼ିଶା ବିଧାନ ସଭାକୁ ଜଣେ ବିଧାୟିକା ଭାବରେ ନିର୍ବାଚିତ ହୋଇଥିଲେ । ୨୦୦୪ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।ଜଳ ପୃଥିବୀପୃଷ୍ଟରେ ପ୍ରାକୃତିକ ଭାବେ ମିଳେ । ଜଳ ହେଉଛି ଏକମାତ୍ର ବସ୍ତୁ ଯାହା ସାଧାରଣ ତାପମାତ୍ରାରେ ୩ଟି ଅବସ୍ଥାରେ ରହେ । ଜଳର ୪୦ରୁ ଉର୍ଦ୍ଧ୍ୱ ବିଶେଷ ଜଳ ଘନିଭୂତ ହେଲେ ଏହାର ଆୟତନ ପାଖାପାଖି ୯% ବୃଦ୍ଧି ପାଏ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ମନମୋହନ ଟୁଡୁ (୧୪ ଜାନୁଆରୀ ୧୯୧୮ - ୯ ଜାନୁଆରୀ ୨୦୦୭) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ମନମୋହନ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସ ଓ ଜନ କଂଗ୍ରେସ କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଚାରିଥର ବିଧାୟକ ଭାବରେ ଏବଂ ଭାରତୀୟ ସଂସଦର ତଳ ସଦନ ଲୋକ ସଭାରେ ଦୁଇଥର ସାଂସଦ ଭାବରେ କାର୍ଯ୍ୟ କରିଥିଲେ । ୧୯୫୭, ୧୯୬୧, ୧୯୬୭ ଓ ୧୯୭୧ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଉଦଳା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୨ୟ, ୩ୟ, ୪ର୍ଥ, ୫ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ୧୯୭୧ ଓ ୧୯୮୦ ମସିହାରେ ମୟୂଭଞ୍ଜ ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୫ମ ଓ ୭ମ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ।
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ବୁଧେଇ ଓଷା ଓଡ଼ିଶାରେ ପାଳିତ ଏକ ଓଷା । ଏହା ଭାଦ୍ରବ ମାସର ୪ଟି କିମ୍ବା ପାଞ୍ଚଟି ବୁଧବାରରେ ପାଳିତ ହୁଏ । କେତେକ ସ୍ଥାନରେ ୫ଟି ବୁଧବାରରେ ପାଳିତ ହୁଏ । ଅନେକ ଗହ୍ମାପୂର୍ଣ୍ଣିମାଠାରୁ ଇନ୍ଦୁପୂର୍ଣ୍ଣିମା ଆଉ କେତେକ ସଂକ୍ରାନ୍ତି ଅନୁଯାୟୀ ଭାଦ୍ର ସଂକ୍ରାନ୍ତିରୁ ଆଶ୍ୱିନ ସଂକ୍ରାନ୍ତିକୁ ହିସାବକୁ ନେଇଥାନ୍ତି । ସାଧାରଣତଃ ସଧବା ନାରୀମାନେ ସନ୍ତାନ କାମନା କରିବା ଓ ତାର ଶୁଭ ମନାସିବା ଉଦ୍ଦେଶ୍ୟ ନେଇ ଏହି ଓଷା କରିଥାନ୍ତି । ଏହି ଓଷାଟି ନିର୍ଜଳ ଭାବେ ନିଷ୍ଠାର ସହ ପାଳନ କରାଯାଏ ।
ଝାନସୀର ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ୱାଧୀନତା ସଂଗ୍ରାମର ଜଣେ ନାୟିକା । ସ୍ୱଦେଶ ଓ ସ୍ୱଜାତିକୁ ପରାଧୀନତାର ଶକ୍ତ ବନ୍ଧନରୁ ମୁକ୍ତ କରିବା ପାଇଁ ଯେଉଁ ନାରୀମାନେ ଆଗକୁ ମାଡି ଆସିଥିଲେ ସେମାନଙ୍କ ମଧ୍ୟରେ ଲକ୍ଷ୍ମୀବାଈ ଅଗ୍ରଗଣ୍ୟା। ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗ ଚାଳନା, ଅଶ୍ୱାରୋହଣ, ବିଭିନ୍ନ୍ ପ୍ରକାର ଶାରୀରିକ ବ୍ୟାୟମ,ଦୁର୍ଦ୍ଦାନ୍ତ ହସ୍ତୀ ମାନଙ୍କୁ ଆୟତ କରିବା ଆଦି ପୁରୁଷ ସୁଲଭ କଳାରେ ସେ ପାରଙ୍ଗମ ଥିଲେ।
ଭୁଟାନ ଦକ୍ଷିଣ ଏସିଆ ମହାଦେଶର ଭୁ-ପରିବେଷ୍ଟିତ ଏକ ଦେଶ। ଏହା ହିମାଳୟର ପୂର୍ବ ପାର୍ଶ୍ୱରେ ଅବସ୍ଥିତ।ଏହାର ଉତ୍ତରକୁ ଚୀନର ସ୍ୱାୟତ୍ତ ଅଞ୍ଚଳ ତିବେତ,ଭାରତର ସିକିମ୍ ରାଜ୍ୟ,ପଶ୍ଚିମକୁ ତିବେତ୍ର ଚୁମ୍ବି,ପୂର୍ବକୁ ଭାରତର ଅରୁଣାଞ୍ଚଳ ପ୍ରଦେଶ ଓ ଦକ୍ଷିଣକୁ ଭାରତର ଆସାମ ଘେରି ରହିଛି। ଭୂଟାନ ଦକ୍ଷିଣ ଏସିଆରେ ଅବସ୍ଥିତ ଓ ମାଲଦିଭେସ ପରେ ଏହା ଦ୍ୱିତୀୟ ଅଳ୍ପ ଜନାକୀର୍ଣ୍ଣ ଦେଶ।ଥିମ୍ପୁ ଏହାର ରାଜ୍ୟ ଓ ବୃହତ୍ତମ ସହର ଅଟେ ଯେଉଁଠାରେକି ଫୁଣ୍ଟସୋଲିଙ୍ଗ ଏହାର ଅର୍ଥନୈତିକ କ୍ଷେତ୍ର। ଏହା ତା'ର ଇତିହାସରେ କେବେ ମଧ୍ୟ ଉପନିବେଶ ସ୍ଥାପନ କରିପାରିନାହିଁ।
ଗଣେଶ, ଗଣପତି, ବିନାୟକ ବା ତାମିଲରେ ପିଲ୍ଲାଇୟାର ହେଉଛନ୍ତି ସବୁଠାରୁ ଅଧିକ ପୂଜିତ ହିନ୍ଦୁ ଦେବତା । ସେ ମହାଦେବ ଶିବ ଓ ଦେବୀ ପାର୍ବତୀଙ୍କର ସାନ ପୁଅ ଓ କାର୍ତ୍ତିକେୟଙ୍କର ସାନ ଭାଇ । ତାଙ୍କର ବାହନ ମୂଷିକ । ଗଣେଶଙ୍କର ପ୍ରତିକୃତି ଭାରତ ଓ ନେପାଳରେ ସର୍ବତ୍ର ପରିଦୃଷ୍ଟ ହୁଏ। ହିନ୍ଦୁମାନେ ଜାତି, ଭାଷା, ବର୍ଣ ନିର୍ବିଶେଷରେ ଗଣେଶଙ୍କୁ ପୂଜା କରିଥାନ୍ତି। ଏପରିକି ଜୈନ, ବୁଦ୍ଧ ଓ ଅଣଭାରତୀୟମାନେ ମଧ୍ୟ ଗଣେଶଙ୍କ ଉପାସନା କରିଥାନ୍ତି। ଶାସ୍ତ୍ରରେ ୩୨ ପ୍ରକାର ଗଣେଶଙ୍କ ବିଷୟରେ ବର୍ଣ୍ଣନା କରାଯାଇଛି ।ଅନେକ ବିଶେଷତ୍ୱ ମଧ୍ୟରୁ ଗଣେଶ ତାଙ୍କର ହାତୀ ମୁଣ୍ଡ ଯୋଗୁ ସହଜରେ ଚିହ୍ନା ପଡ଼ନ୍ତି । ବିଘ୍ନ ନାଶକ ରୂପେ ସେ ସର୍ବତ୍ର ପୂଜିତ ହୁଅନ୍ତି । କଳା, ବିଜ୍ଞାନର ଓ ବୁଦ୍ଧିମତ୍ତାର ଦେବତା ଓ ସଂରକ୍ଷକ ରୂପେ ସେ ପରିଚିତ । ଆଦି ଦେବତା ହିସାବରେ ପ୍ରତ୍ୟେକ ଶୁଭ କାର୍ଯ୍ୟ, ପୂଜା, ଲେଖାପଢ଼ା ଓ ଧାର୍ମିକ କ୍ରିୟା ଆରମ୍ଭରେ ତାଙ୍କର ଆବାହନ କରାଯାଏ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ବିଜୟ ମିଶ୍ର (ଜନ୍ମ ୧୬ଜୁଲାଇ ୧୯୩୬) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଛନ୍ତି । ଶ୍ରୀ ମିଶ୍ର, ଏଯାବତ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିସାରିଛନ୍ତି । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନ ପାଇଁ ମନୋନୀତ ହୋଇଛନ୍ତି ।
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
'ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ବା କୃଷ୍ଣ ଜନ୍ମାଷ୍ଟମୀ,kṛṣṇa janmāṣṭami), କୃଷ୍ଣାଷ୍ଟମୀ, ସାତମ୍ ଆଠମ୍, ଗୋକୁଳାଷ୍ଟମୀ, ଅଷ୍ଟମୀ ରୋହିଣୀ, ଶ୍ରୀକୃଷ୍ଣ ଜୟନ୍ତୀ, ଶ୍ରୀ ଜୟନ୍ତୀ ବା କେବଳ ଜନ୍ମାଷ୍ଟମୀ ନାମରେ ମଧ୍ୟ ଜଣାଶୁଣା । ବିଷ୍ଣୁଙ୍କର ଅବତାରୀ ପୁରୁଷ ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମଦିନକୁ ହିନ୍ଦୁମାନେ ଜନ୍ମାଷ୍ଟମୀ ରୂପେ ପାଳନ କରିଥାନ୍ତି । ଏହା ହିନ୍ଦୁ ପଞ୍ଜିକା ଅନୁସାରେ ଭାଦ୍ରବ ମାସ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ପାଳନ କରାଯାଏ । ଏଇ ଦିନ ଲଗ୍ନରେ ରୋହିଣୀ ନକ୍ଷତ୍ର ରହିଥାନ୍ତି । ଏହା ଗ୍ରେଗୋରିଆନ (ଇଂରାଜୀ) କ୍ୟାଲେଣ୍ଡରରେ ସର୍ବଦା ଅଗଷ୍ଟ ୧୫ରୁ ସେପ୍ଟେମ୍ବର ୧୫ ଭିତରେ ହିଁ ଆସିଥାଏ । ଉତ୍ତର ଭାରତ ଓ ଦକ୍ଷିଣ ଭାରତରେ ଗଣନା ପଦ୍ଧତିର ବୈଷମ୍ୟ ଯୋଗୁଁ ଏହାର ପାଳନ ଗୋଟିଏ ଦିନ ଆଗପଛ ହୋଇଥାଏ । ଯେପରିକି ୨୦୧୧ ମସିହାରେ ଉତ୍ତର ଭାରତରେ ଏହା ୨୨ ଅଗଷ୍ଟରେ ପାଳନ କରାଯାଇଥିଲେ ମଧ୍ୟ ଦକ୍ଷିଣ ଭାରତରେ (କେରଳାଦି ରାଜ୍ୟରେ) ୨୧ ଅଗଷ୍ଟରେ ପାଳିତ ହୋଇଥିଲା । ଭାଦ୍ର କୃଷ୍ଣାଷ୍ଟମୀ ଅର୍ଦ୍ଧରାତ୍ର ସମୟରେ ଜନ୍ମାଷ୍ଟମୀ ହିନ୍ଦୁ ଜଗତରେ ପାଳିତ ହୋଇଥାଏ । କିନ୍ତୁ ବିଷ୍ଣୁ ପୁରାଣରେ କୃଷ୍ଣଙ୍କର ଜନ୍ମ ଶ୍ରାବଣମାସ କୃଷ୍ଣ ଅଷ୍ଟମୀରେ ହୋଇଥିବାର ଉଲ୍ଲେଖ ରହିଛି । ମୁଖ୍ୟଚାନ୍ଦ୍ରମାସ ଓ ଗୌଣ ଚାନ୍ଦ୍ରମାସ ଗଣନା ଏ ପ୍ରଭେଦର କାରଣ ବୋଲି ଅନୁମେୟ । ଶ୍ରୀକୃଷ୍ଣ ମାନବ ସମାଜକୁ କର୍ମଯୋଗର ଶିକ୍ଷା ଦେଇଛନ୍ତି । ଶ୍ରୀମଦ୍ଭଗବଦଗୀତାରେ କର୍ମ ଅନୁସାରେ ଫଳ ମିଳିବ ବୋଲି ସେ ଉଲ୍ଲେଖ କରିଛନ୍ତି। ତେଣୁ ଜନ୍ମାଷ୍ଟମୀର ପାଳନ ଅବସରରେ ଜଣେ ପ୍ରକୃତ କର୍ମଯୋଗୀ ହେବାପାଇଁ ଶପଥ ନିଆଯାଏ। ଫଳର ଆଶା ନ ରଖି ବିଶ୍ୱର ସେବା କରିବା ହେଉଛି ପ୍ରକୃତ କର୍ମଯୋଗ । ଗୀତାରେ ଶ୍ରୀକୃଷ୍ଣଙ୍କ ପ୍ରଦର୍ଶିତ ପଥ ଅନୁସରଣ କରି ଯେ କେହି ସ୍ଥିତପ୍ରଜ୍ଞ ହୋଇପାରେ । ମହାପୁରୁଷମାନେ ଦେଖାଇଦେଇଥିବା ପଥରେ ଯାଇ ଇତରଲୋକେ ସୁଖ, ଶାନ୍ତି ଓ ସମୃଦ୍ଧିକୁ ସହଜରେ ହାସଲ କରିପାରିବେ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ .
କମ୍ପୁଟର ସଫ୍ଟୱେର କିମ୍ବା ସଫ୍ଟୱେର, କମ୍ପ୍ୟୁଟର ପ୍ରୋଗ୍ରାମ, ଲାଇବ୍ରେରି ଏବଂ ସେମାନଙ୍କ ସମ୍ବନ୍ଧିତ ନଥିକରଣକୁ ନେଇ ଗଠିତ । "ସଫ୍ଟୱେର" ଶବ୍ଦଟି କେବେ କେବେ ସଙ୍କୁଚିତ ଅର୍ଥରେ ଆପ୍ଲିକେସନ ସଫ୍ଟୱେରକୁ ମଧ୍ୟ ବୁଝାଇଥାଏ । ସଫ୍ଟୱେର କମ୍ପ୍ୟୁଟର ମେମୋରିରେ ସାଇତା ହୋଇ ରହିଥାଏ ଏବଂ ଏହାକୁ କେହି ଛୁଇଁପାରିବେ ନାହିଁ ।ନିମ୍ନତମ ସୋପାନରେ, ଏକ୍ସକ୍ୟୁଟ କରାହୋଇପାରିବା କୋଡ଼ସମୂହ ଏକ ନିର୍ଦ୍ଦିଷ୍ଟ ପ୍ରସେସର– ସାଧାରଣତଃ ଏକ ସେଣ୍ଟ୍ରାଲ ପ୍ରୋସେସିଙ୍ଗ ୟୁନିଟ (ସିପିୟୁ) ସହ ସମ୍ବନ୍ଧିତ ମେସିନ ଲାଙ୍ଗୁଏଜକୁ ନେଇ ଗଠିତ । ଏକ ମେସିନ ଲାଙ୍ଗୁଏଜ ପ୍ରୋସେସର ସୂଚନାକୁ ସୂଚାଉଥିବା ବାଇନାରି ମୂଲ୍ୟକୁ ନେଇ ଗଠିତ ଦଳମାନଙ୍କୁ ନେଇ ତିଆରି । ଏହି ମୂଲ୍ୟସବୁ କମ୍ପ୍ୟୁଟରର ପୂର୍ବ ଅବସ୍ଥାକୁ ବଦଳାଇଥାଏ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି ।
ପ୍ରେମଚନ୍ଦଙ୍କ ଜନ୍ମ ୩୧ ଜୁଲାଇ, ୧୮୮୦ ମସିହାରେ ଉତ୍ତର ପ୍ରଦେଶ ବନାରସର (ଏବେକା ବାରଣାସୀ) ଲମହିଠାରେ ହୋଇଥିଲା । ତାଙ୍କର ପ୍ରକୃତ ନାମ ଥିଲା ଧନପତ୍ ରାୟ ଶ୍ରୀବାସ୍ତବ ଓ ଉପନାମ ନବାବ ରାୟ । ତାଙ୍କର ସବୁ ଲେଖା ଗୁ୍ଡ଼ିକରେ ସିଏ ଅଧିକତର ଉପନାମ ହିଁ ବ୍ୟବହାର କରିଛନ୍ତି । ପ୍ରେମଚନ୍ଦଙ୍କ ଲେଖାଗୁ୍ଡ଼ିକ ପଢ଼ି ଖୁସି ହୋଇ ସମାଜରେ ତାଙ୍କ ପ୍ରେମୀମାନେ ତାଙ୍କୁ ମୁଂଶୀ ପ୍ରେମଚନ୍ଦ ଭାବେ ପ୍ରସିଦ୍ଧ କରିଛନ୍ତି । ସିଏ ଉର୍ଦ୍ଦୁ ଓ ହିନ୍ଦି ଭାଷାରେ ପ୍ରାୟ ୧୫ଟି ଉପାନ୍ୟାସ, ୨୫୦ କ୍ଷୁଦ୍ର ଗଳ୍ପ, କେତେଗୁଡ଼ିଏ ନିବନ୍ଧ ମଧ୍ୟ ଲେଖିଛନ୍ତି । ତାଙ୍କର ଉପନ୍ୟାସ ଗୁଡ଼ିକ ମଧ୍ୟରୁ ସେବାସଦନ, ରଙ୍ଗମଞ୍ଚ, ଗବନ, ନିର୍ମଳା ଓ ଗୋଦାନ ବହୁ ପ୍ରଚଳିତ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ୱାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ୱାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଚିଲିକା ଓଡ଼ିଶାର ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମ ଜିଲ୍ଲାରେ ବ୍ୟାପିଥିବା ଏକ ଲବଣାକ୍ତ ହ୍ରଦ । ଏହା ଓଡ଼ିଶାର ସବୁଠୁ ବଡ଼ ହ୍ରଦ । ଅଂଶୁପା ଓ ସର ମଧୁରଜଳ ହ୍ରଦ ହୋଇଥିବା ବେଳେ ଚିଲିକା ହେଉଛି ଲବଣାକ୍ତ ଜଳ ( Brackish Water) ହ୍ରଦ। ଏଠାରେ ଥିବା ନଳବଣ ବିଦେଶୀ ପକ୍ଷୀମାନଙ୍କ ଶୀତକାଳୀନ ବାସସ୍ଥାନ । ଚିଲିକାରେ ଶୀତଦିନ ବିତାଇବା ପାଇଁ ଏମାନେ ହଜାର ହଜାର ମାଇଲ ଉଡ଼ି ସୁଦୂର ଉତ୍ତର ଗୋଲାର୍ଦ୍ଧ ଓ ସାଇବେରିଆ ଅଞ୍ଚଳରୁ ଆସନ୍ତି । ଏଠାରେ ଥିବା ପରିକୁଦ ଓ ମାଲୁଦ ଦ୍ୱୀପରେ ଥିବା ମନ୍ଦିର ପର୍ଯ୍ୟଟକମାନଙ୍କ ପାଇଁ ଅନ୍ୟତମ ଆକର୍ଷଣ । ପ୍ରକୃତିର ବିବିଧତା ଏଠାରେ ଫୁଟିକରି ଦେଖାଯାଏ । ବିଭିନ୍ନ ପ୍ରକାରର ପକ୍ଷୀ, ସାମୁଦ୍ରିକ ପ୍ରାଣୀ, ଉଦ୍ଭିଦମାନଙ୍କର ଏହା ଗନ୍ତାଘର ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନ ଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବ ଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
କ୍ରିଏଟିଭ କମନ୍ସ(ସିସି) ଏକ ଆମେରିକୀୟ ଅଣଲାଭକାରୀ ସଂସ୍ଥା ଯାହା ରଚନାତ୍ମକ କାମକୁ ଆଇନଗତ ଭାବେ ବାଣ୍ଟିବା ଓ ବ୍ୟବହାର କରିବାରେ ସାହାୟତା କରେ । ଏହି ସଂସ୍ଥା କପିରାଇଟ ଲାଇସେନ୍ସ ରୂପରେ କ୍ରିଏଟିଭ କମନ୍ସ ଲାଇସେନ୍ସ ବା ସିସି ଲାଇସେନ୍ସ ପ୍ରକାଶିତ କରିଛି ଯାହା ନିଶୁଳ୍କ ଭାବେ ବ୍ୟବହାର କରିହେବ। ଏହି ଲାଇସେନ୍ସ ସ୍ରଷ୍ଠାକୁ କିଛି ଅଧିକାର ରଖିବାରେ ସାହାୟତା କରେ । ସହଜରେ ବ୍ୟବହାରକାରୀକୁ ଲାଇସେନ୍ସ ବିଷୟରେ ବୁଝେଇବା ପାଇଁ କିଛି ପ୍ରତୀକ ମଧ୍ୟ ବ୍ୟବହାର କରାଯାଏ । କ୍ରିଏଟିଭ କମନ୍ସ କପିରାଇଟର ଅନ୍ୟ ରୁପ ନୁହଁ କିନ୍ତୁ ତା ଉପରେ ଆଧାରିତ ଅଟେ ।