ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ସୁରମା ପାଢ଼ୀ (ଜନ୍ମ: ୨୯ ଡିସେମ୍ବର ୧୯୬୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟି ରାଜନୈତିକ ଦଳ ସହ ସଂପୃକ୍ତ ଅଛନ୍ତି । ସୁରମା ଓଡ଼ିଶା ବିଧାନ ସଭାକୁ ଜଣେ ବିଧାୟିକା ଭାବରେ ନିର୍ବାଚିତ ହୋଇଥିଲେ । ୨୦୦୪ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଝାନସୀର ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ୱାଧୀନତା ସଂଗ୍ରାମର ଜଣେ ନାୟିକା । ସ୍ୱଦେଶ ଓ ସ୍ୱଜାତିକୁ ପରାଧୀନତାର ଶକ୍ତ ବନ୍ଧନରୁ ମୁକ୍ତ କରିବା ପାଇଁ ଯେଉଁ ନାରୀମାନେ ଆଗକୁ ମାଡି ଆସିଥିଲେ ସେମାନଙ୍କ ମଧ୍ୟରେ ଲକ୍ଷ୍ମୀବାଈ ଅଗ୍ରଗଣ୍ୟା। ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗ ଚାଳନା, ଅଶ୍ୱାରୋହଣ, ବିଭିନ୍ନ୍ ପ୍ରକାର ଶାରୀରିକ ବ୍ୟାୟମ,ଦୁର୍ଦ୍ଦାନ୍ତ ହସ୍ତୀ ମାନଙ୍କୁ ଆୟତ କରିବା ଆଦି ପୁରୁଷ ସୁଲଭ କଳାରେ ସେ ପାରଙ୍ଗମ ଥିଲେ।
ଭାଦ୍ରବ ମାସର ଅମାବାସ୍ୟାକୁ ସପ୍ତପୁରୀ ଅମାବାସ୍ୟା ବା କୁଶଗ୍ରହଣୀ ଅମାବାସ୍ୟା ନାମରେ ପାଳନ କରାଯାଏ । ଏହି ଅମାବାସ୍ୟା ତିଥିରେ ଓଡ଼ିଆ ଜାତିର ଆରାଧ୍ୟ ଭଗବାନ ଜଗନ୍ନାଥଙ୍କଠାରେ ସପ୍ତପୁରୀ ଭୋଗ ଲାଗିଥାଏ । ଶ୍ରୀଜୀଉଙ୍କର ଏହିଦିନ ବିଶେଷ ପୂଜାନୀତି ଅନୁଷ୍ଠିତ ହେବା ସହ ସେବାୟତଙ୍କଦ୍ୱାରା ଏକ ବଡ଼ ସପ୍ତପୁରୀ (ସାତପୁରୀ) ପ୍ରସ୍ତୁତ କରାଯାଇ ଠାକୁରଙ୍କଠାରେ ଭୋଗଲାଗି ହୋଇଥାଏ । ଏହାକୁ ସପ୍ତପୁରୀ ତାଡ଼ ମଧ୍ୟ କୁହାଯାଇଥାଏ ।
ଏମାର ମଠ ଓଡ଼ିଶାର ପୁରୀରେ ଥିବା ଏକ ମଠ । ଏହା ପୁରୀରେ ଥିବା ସବୁଠାରୁ ପୁରୁଣା ମଠମାନଙ୍କ ଭିତରୁ ଗୋଟିଏ । ସନ୍ଥ ରାମାନୁଜ ପ୍ରଥମେ ସ୍ୱର୍ଗଦ୍ୱାରରେ ଛତା ପୋତି ରହିଥିଲେ । ତାପରେ ସେଠାରେ ସେ ମଠ କରିଥିଲେ । ଏହା ପରେ ବର୍ତ୍ତମାନର ଏମାର ମଠ ସ୍ଥାନରେ ଛତା ପୋତି ନିଜ ଶିଷ୍ୟଙ୍କ ସହ ରହିଲେ । ସେହି ଛତାରୁ ସେଠାରେ ଏମାର ମଠ ହେଲା । ବିବାଦୀୟ ଭାବେ, ୨୦୧୧ ମସିହାରେ ଏଠାରେ ୯୦ କୋଟି ଟଙ୍କା ମୁଲ୍ୟର ୫୨୨ଟି ରୂପା ଦଣ୍ଡି (୧୮ କିଗ୍ରା) ମିଳିଥିଲା ।
ରଣପୁର (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ରଣପୁର (କ୍ରମିକ ସଂଖ୍ୟା: ୧୧୯) ନୟାଗଡ଼ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳଗୁଡ଼ିକ ହେଲା ରଣପୁର ବ୍ଳକ ଓ ଓଡ଼ଗାଁ ବ୍ଳକର କିଛି ଅଞ୍ଚଳ ।ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ରବିନାରାୟଣ ମହାପାତ୍ର ଭାରତୀୟ ଜନତା ପାର୍ଟି ପ୍ରାର୍ଥିନୀ ସୁରମା ପାଢୀଙ୍କ ଠାରୁ ୧୬୪୨୬ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।୨୦୦୯ ବିଧାନ ସଭା ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ସତ୍ୟନାରାୟଣ ପ୍ରଧାନ, ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ ସୁରମା ପାଢ଼ୀଙ୍କଠାରୁ ୨୧,୬୦୧ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ୱାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ .
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
ଭୁଟାନ ଦକ୍ଷିଣ ଏସିଆ ମହାଦେଶର ଭୁ-ପରିବେଷ୍ଟିତ ଏକ ଦେଶ। ଏହା ହିମାଳୟର ପୂର୍ବ ପାର୍ଶ୍ୱରେ ଅବସ୍ଥିତ।ଏହାର ଉତ୍ତରକୁ ଚୀନର ସ୍ୱାୟତ୍ତ ଅଞ୍ଚଳ ତିବେତ,ଭାରତର ସିକିମ୍ ରାଜ୍ୟ,ପଶ୍ଚିମକୁ ତିବେତ୍ର ଚୁମ୍ବି,ପୂର୍ବକୁ ଭାରତର ଅରୁଣାଞ୍ଚଳ ପ୍ରଦେଶ ଓ ଦକ୍ଷିଣକୁ ଭାରତର ଆସାମ ଘେରି ରହିଛି। ଭୂଟାନ ଦକ୍ଷିଣ ଏସିଆରେ ଅବସ୍ଥିତ ଓ ମାଲଦିଭେସ ପରେ ଏହା ଦ୍ୱିତୀୟ ଅଳ୍ପ ଜନାକୀର୍ଣ୍ଣ ଦେଶ।ଥିମ୍ପୁ ଏହାର ରାଜ୍ୟ ଓ ବୃହତ୍ତମ ସହର ଅଟେ ଯେଉଁଠାରେକି ଫୁଣ୍ଟସୋଲିଙ୍ଗ ଏହାର ଅର୍ଥନୈତିକ କ୍ଷେତ୍ର। ଏହା ତା'ର ଇତିହାସରେ କେବେ ମଧ୍ୟ ଉପନିବେଶ ସ୍ଥାପନ କରିପାରିନାହିଁ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଶ୍ରୀ ବିନାୟକ ଆଚାର୍ଯ୍ୟ ୧୯୧୮ ମସିହା ଅଗଷ୍ଟ ମାସ ୩୦ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ସ୍ୱର୍ଗୀୟ ଶ୍ରୀ ରଘୁନାଥ ଆଚାର୍ଯ୍ୟ । ସେ କଳା ବିଭାଗରେ +୩ କରିସାରି ଶିକ୍ଷକତା ନିମନ୍ତେ ତାଲିମ ନେଇଥିଲେ । ରାଜନୀତିରେ ଯୋଗଦେବା ଆଗରୁ ସେ ଶିକ୍ଷକତା କରୁଥିଲେ । ପତ୍ରିକା ଅଧ୍ୟୟନ ତାଙ୍କର ଅନ୍ୟତମ ରୁଚି ଥିଲା ଓ ସେ ତାଙ୍କ ବନ୍ଧୁମାନକଙ୍କ ସହିତ ଭାରତ ରାଜନୀତି ବିଷୟରେ ଚର୍ଚ୍ଚା କରୁଥିଲେ, ଯାହା ତାଙ୍କୁ ଭବିଷ୍ୟତ ଜୀବନରେ ରାଜନୀତିରେ ଯୋଗ ଦେବାପାଇଁ ପ୍ରେରଣା ଯୋଗାଇଥିଲା । ୧୯୪୨ ମସିହାରେ ହୋଇଥିବା ଭାରତଛାଡ଼ ଆନ୍ଦୋଳୋନରେ ସେ ଯୋଗଦେଇ ବନ୍ଦୀମାନଙ୍କ ପରିବାର ଲୋକଙ୍କୁ ଦେଖାଶୁଣା କରିଥିଲେ । ତେଣୁ ପୁଲିସର ସନ୍ଧାନବେଳେ ତାଙ୍କ ଭାଇ ଶ୍ରୀ ସତ୍ୟନାରାୟଣ ଆଚାର୍ଯ୍ୟ ଧରାପଡ଼ିଥିଲେ ଓ ତାଙ୍କୁ କାରାଦଣ୍ଡାଦେଶ ହୋଇଥିଲା । ତାଙ୍କର ରାଜନୈତିକ ଜୀବନ ୧୯୬୭ ମସିହାରେ ଆରମ୍ଭ ହୋଇଥିଲା ଓ ସେ ବିଧାୟକ ପାଇ ନିର୍ବାଚନରେ ଭାଗ ନେଇଥିଲେ । ସେ ୧୯୬୭ ଓ ୧୯୭୧ରେ ୨ଥର ବିଧାୟକ ଭାବେ ବ୍ରହ୍ମପୁର ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇଥିଲେ । ୧୯୬୭ରୁ ୧୯୭୨ ପର୍ଯ୍ୟନ୍ତ ବିରୋଧିଦଳର ନେତୃତ୍ୱ ମଧ୍ୟ ନେଇଥିଲେ । ସେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ୨୯ ଡିସେମ୍ବର ୧୯୭୬ ଠାରୁ ୩୦ ଅପ୍ରେଲ ୧୯୭୭ ପର୍ଯ୍ୟନ୍ତ ଦାୟିତ୍ୱ ନିର୍ବାହ କରିଥିଲେ । ୧୧ ଡିସେମ୍ବର ୧୯୮୩ରେ ସେ ପ୍ରାଣତ୍ୟାଗ କରିଥିଲେ । ଆଚାର୍ଯ୍ୟଙ୍କ ମୃତ୍ୟୁପରେ ତାଙ୍କ ସ୍ମୃତିରେ ବ୍ରହ୍ମପୁରଠାରେ ସରକାର ବିନାୟକ ଆଚାର୍ଯ୍ୟ ମହାବିଦ୍ୟାଳୟ ଓ ଏକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରତିଷ୍ଠା କରିଥିଲେ ଯାହା ତାଙ୍କ ନାମରେ ନାମିତ ହୋଇଛି ।
ଗଣେଶ, ଗଣପତି, ବିନାୟକ ବା ତାମିଲରେ ପିଲ୍ଲାଇୟାର ହେଉଛନ୍ତି ସବୁଠାରୁ ଅଧିକ ପୂଜିତ ହିନ୍ଦୁ ଦେବତା । ସେ ମହାଦେବ ଶିବ ଓ ଦେବୀ ପାର୍ବତୀଙ୍କର ସାନ ପୁଅ ଓ କାର୍ତ୍ତିକେୟଙ୍କର ସାନ ଭାଇ । ତାଙ୍କର ବାହନ ମୂଷିକ । ଗଣେଶଙ୍କର ପ୍ରତିକୃତି ଭାରତ ଓ ନେପାଳରେ ସର୍ବତ୍ର ପରିଦୃଷ୍ଟ ହୁଏ। ହିନ୍ଦୁମାନେ ଜାତି, ଭାଷା, ବର୍ଣ ନିର୍ବିଶେଷରେ ଗଣେଶଙ୍କୁ ପୂଜା କରିଥାନ୍ତି। ଏପରିକି ଜୈନ, ବୁଦ୍ଧ ଓ ଅଣଭାରତୀୟମାନେ ମଧ୍ୟ ଗଣେଶଙ୍କ ଉପାସନା କରିଥାନ୍ତି। ଶାସ୍ତ୍ରରେ ୩୨ ପ୍ରକାର ଗଣେଶଙ୍କ ବିଷୟରେ ବର୍ଣ୍ଣନା କରାଯାଇଛି ।ଅନେକ ବିଶେଷତ୍ୱ ମଧ୍ୟରୁ ଗଣେଶ ତାଙ୍କର ହାତୀ ମୁଣ୍ଡ ଯୋଗୁ ସହଜରେ ଚିହ୍ନା ପଡ଼ନ୍ତି । ବିଘ୍ନ ନାଶକ ରୂପେ ସେ ସର୍ବତ୍ର ପୂଜିତ ହୁଅନ୍ତି । କଳା, ବିଜ୍ଞାନର ଓ ବୁଦ୍ଧିମତ୍ତାର ଦେବତା ଓ ସଂରକ୍ଷକ ରୂପେ ସେ ପରିଚିତ । ଆଦି ଦେବତା ହିସାବରେ ପ୍ରତ୍ୟେକ ଶୁଭ କାର୍ଯ୍ୟ, ପୂଜା, ଲେଖାପଢ଼ା ଓ ଧାର୍ମିକ କ୍ରିୟା ଆରମ୍ଭରେ ତାଙ୍କର ଆବାହନ କରାଯାଏ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଭାରତୀୟ ମହାକାଶ ଗବେଷଣା ସଂସ୍ଥା ବା ଇସ୍ରୋ ହେଉଛି ଭାରତ ସରକାରଙ୍କ ପ୍ରମୁଖ ମହାକାଶ ପ୍ରାଧିକରଣ । ଏହା ପୃଥିବୀର ଛଅଟି ବଡ ସରକାରୀ ମହାକାଶ ପ୍ରାଧିକରଣ ମଧ୍ୟରୁ ଅନ୍ୟତମ ଯଥା: ଆମେରିକାର ନାସା (NASA), ଋଷିଆର RKA, ଇଉରୋପର ଇସା (ESA), ଚୀନର ସିନସଏ (CNSA) ଓ ଜାପାନର JAXA । ଏହି ସଂଗଠନର ମୂଳ ଉଦ୍ଦେଶ୍ୟ ହେଲା - ମହାକାଶ ତଥା ଗ୍ରହଜଗତ ସମ୍ବନ୍ଧରେ ତାତ୍ତ୍ୱିକ ଗବେଷଣା, ଅତ୍ୟାଧୁନିକ ମହାକାଶୀୟ ପ୍ରଯୁକ୍ତି ବିଦ୍ୟାର ଉନ୍ନତିକରଣ ଓ ଦେଶର ଉନ୍ନତିରେ ମହାକାଶର ପ୍ରୟୋଗ ।ଏହା ୧୯୬୯ରେ ପ୍ରତିଷ୍ଠା ହୋଇଥିଲା । ଭାରତୀୟ ରାଷ୍ଟ୍ରୀୟ ଅନ୍ତରୀକ୍ଷ ଅନୁସନ୍ଧାନ ସମିତି (INCOSPAR) ବଦଳରେ ସ୍ଥାପିତ ହୋଇଥିଲା । ଇସ୍ରୋ ମୁଖ୍ୟ କାର୍ଯାଳୟ ବାଙ୍ଗାଲୋରଠାରେ ଅବସ୍ଥିତ । ଏହା ଭାରତ ସରକାରଙ୍କ ମହାକାଶ ବିଭାଗ ଅନ୍ତର୍ଗତ ଅଟେ, ଯାହାକି ବର୍ତମାନ ପ୍ରଧାନମନ୍ତ୍ରୀଙ୍କ ଅଧୀନରେ କାର୍ଯ୍ୟ କରୁଅଛି । ଇସ୍ରୋକୁ ପ୍ରତିଷ୍ଠା କରିବାରେ ଡକ୍ଟର ବିକ୍ରମ ଅମ୍ବାଲାଲ୍ ସରାଭାଇଙ୍କର ଉଲ୍ଲେଖନୀୟ ଯୋଗଦାନ ଓ ଆପ୍ରାଣ ପ୍ରଚେଷ୍ଟା ଯୋଁଗୁ ତାଙ୍କୁ ଭାରତୀୟ ମହାକାଶ କାର୍ଯ୍ୟକ୍ରମର ଜନକ ବୋଲି କୁହାଯାଏ ।
'ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ବା କୃଷ୍ଣ ଜନ୍ମାଷ୍ଟମୀ,kṛṣṇa janmāṣṭami), କୃଷ୍ଣାଷ୍ଟମୀ, ସାତମ୍ ଆଠମ୍, ଗୋକୁଳାଷ୍ଟମୀ, ଅଷ୍ଟମୀ ରୋହିଣୀ, ଶ୍ରୀକୃଷ୍ଣ ଜୟନ୍ତୀ, ଶ୍ରୀ ଜୟନ୍ତୀ ବା କେବଳ ଜନ୍ମାଷ୍ଟମୀ ନାମରେ ମଧ୍ୟ ଜଣାଶୁଣା । ବିଷ୍ଣୁଙ୍କର ଅବତାରୀ ପୁରୁଷ ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମଦିନକୁ ହିନ୍ଦୁମାନେ ଜନ୍ମାଷ୍ଟମୀ ରୂପେ ପାଳନ କରିଥାନ୍ତି । ଏହା ହିନ୍ଦୁ ପଞ୍ଜିକା ଅନୁସାରେ ଭାଦ୍ରବ ମାସ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ପାଳନ କରାଯାଏ । ଏଇ ଦିନ ଲଗ୍ନରେ ରୋହିଣୀ ନକ୍ଷତ୍ର ରହିଥାନ୍ତି । ଏହା ଗ୍ରେଗୋରିଆନ (ଇଂରାଜୀ) କ୍ୟାଲେଣ୍ଡରରେ ସର୍ବଦା ଅଗଷ୍ଟ ୧୫ରୁ ସେପ୍ଟେମ୍ବର ୧୫ ଭିତରେ ହିଁ ଆସିଥାଏ । ଉତ୍ତର ଭାରତ ଓ ଦକ୍ଷିଣ ଭାରତରେ ଗଣନା ପଦ୍ଧତିର ବୈଷମ୍ୟ ଯୋଗୁଁ ଏହାର ପାଳନ ଗୋଟିଏ ଦିନ ଆଗପଛ ହୋଇଥାଏ । ଯେପରିକି ୨୦୧୧ ମସିହାରେ ଉତ୍ତର ଭାରତରେ ଏହା ୨୨ ଅଗଷ୍ଟରେ ପାଳନ କରାଯାଇଥିଲେ ମଧ୍ୟ ଦକ୍ଷିଣ ଭାରତରେ (କେରଳାଦି ରାଜ୍ୟରେ) ୨୧ ଅଗଷ୍ଟରେ ପାଳିତ ହୋଇଥିଲା । ଭାଦ୍ର କୃଷ୍ଣାଷ୍ଟମୀ ଅର୍ଦ୍ଧରାତ୍ର ସମୟରେ ଜନ୍ମାଷ୍ଟମୀ ହିନ୍ଦୁ ଜଗତରେ ପାଳିତ ହୋଇଥାଏ । କିନ୍ତୁ ବିଷ୍ଣୁ ପୁରାଣରେ କୃଷ୍ଣଙ୍କର ଜନ୍ମ ଶ୍ରାବଣମାସ କୃଷ୍ଣ ଅଷ୍ଟମୀରେ ହୋଇଥିବାର ଉଲ୍ଲେଖ ରହିଛି । ମୁଖ୍ୟଚାନ୍ଦ୍ରମାସ ଓ ଗୌଣ ଚାନ୍ଦ୍ରମାସ ଗଣନା ଏ ପ୍ରଭେଦର କାରଣ ବୋଲି ଅନୁମେୟ । ଶ୍ରୀକୃଷ୍ଣ ମାନବ ସମାଜକୁ କର୍ମଯୋଗର ଶିକ୍ଷା ଦେଇଛନ୍ତି । ଶ୍ରୀମଦ୍ଭଗବଦଗୀତାରେ କର୍ମ ଅନୁସାରେ ଫଳ ମିଳିବ ବୋଲି ସେ ଉଲ୍ଲେଖ କରିଛନ୍ତି। ତେଣୁ ଜନ୍ମାଷ୍ଟମୀର ପାଳନ ଅବସରରେ ଜଣେ ପ୍ରକୃତ କର୍ମଯୋଗୀ ହେବାପାଇଁ ଶପଥ ନିଆଯାଏ। ଫଳର ଆଶା ନ ରଖି ବିଶ୍ୱର ସେବା କରିବା ହେଉଛି ପ୍ରକୃତ କର୍ମଯୋଗ । ଗୀତାରେ ଶ୍ରୀକୃଷ୍ଣଙ୍କ ପ୍ରଦର୍ଶିତ ପଥ ଅନୁସରଣ କରି ଯେ କେହି ସ୍ଥିତପ୍ରଜ୍ଞ ହୋଇପାରେ । ମହାପୁରୁଷମାନେ ଦେଖାଇଦେଇଥିବା ପଥରେ ଯାଇ ଇତରଲୋକେ ସୁଖ, ଶାନ୍ତି ଓ ସମୃଦ୍ଧିକୁ ସହଜରେ ହାସଲ କରିପାରିବେ ।
ଖୁଦୁରୁକୁଣି ଓଷା ଏକ ପାରମ୍ପାରିକ ଓଡ଼ିଆ ଓଷା । ଏହା ଭାଲୁକୁଣି ଓଷା ଓ ଢିଙ୍କି ଓଷା ଭାବେ ମଧ୍ୟ ପରିଚିତ । ଏହା କୁଆଁରୀ ଓଡ଼ିଆ ଝିଅ ଦେଇ ଓଡ଼ିଶାରେ ପାଳନ କରାଯାଇଥାଏ । ଏଥିରେ ଖୁଦୁରୁକୁଣି (ମା ମଙ୍ଗଳା ବା ଦୁର୍ଗା)ଙ୍କର ପୂଜା ଅର୍ଚନା କରାଯାଇଥାଏ ।ଓଡ଼ିଶାରେ ସାଧବ ପୁଅମାନେ ସୁଦୂର ଅତୀତରେ ଦେଶବିଦେଶକୁ ବଣିଜ କରିବା ନିମନ୍ତେ ଯାଉଥିଲେ । ସେହିପରି ଏକ ସାତ ସାଧବ ଭାଇ ଓ ସେମାନଙ୍କ ଅଲିଅଳି ଭଉଣୀ ତଅପୋଇକୁ ଭାଉଜମାନେ ଯାତନା ଦେବା ଓ ଖୁଦୁରୁକୁଣିଙ୍କୁ ପୂଜି ସେଥିରୁ ମୁକ୍ତି ମିଳିବାକୁ ନେଇ ଏହି ଓଷାର ଆରମ୍ଭ । ଝିଅମାନେ ଦୂରରେ ଥିବା ଆତ୍ମୀୟ ଓ ମୁଖ୍ୟତଃ ଭାଇମାନଙ୍କର ମଙ୍ଗଳ ମନାସି ଏହି ଓଷା ପାଳିଥାନ୍ତି ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ବିଭୂତି ଭୂଷଣ ପ୍ରଧାନ (୩ ଅପ୍ରେଲ ୧୯୫୭ - ୨୪ ଅଗଷ୍ଟ ୨୦୧୬) ଜଣେ ଓଡ଼ିଆ ଔପନ୍ୟାସିକ ଥିଲେ । ସେ ୧୯୫୭ ଅପ୍ରେଲ ୩ତାରିଖରେ କେନ୍ଦ୍ରାପଡ଼ା ଜିଲ୍ଲାର ବଳରାମପୁରଠାରେ ଜନ୍ମଗ୍ରହଣ କରିଥିଲେ । ବୃତ୍ତିରେ ଥିଲେ ସେ ଜଣେ ଶିକ୍ଷକ । ଛତିଶଗଡ଼ର 'କୋର୍ବା'ଠାରେ ନବୋଦୟ ବିଦ୍ୟାଳୟର ଶିକ୍ଷକ ଭାବରେ କାର୍ଯ୍ୟ କରୁଥିଲେ ।୨୦୧୬ ଅଗଷ୍ଟ ୨୪ତାରିଖରେ ହୃଦ୍ଘାତ ଯୋଗୁ ତାଙ୍କର ମୃତ୍ୟୁ ଘଟିଥିଲା ।
ନିରଞ୍ଜନ ରାଉତ, ଜଣେ ପ୍ରଖ୍ୟାତ ଓଡ଼ିଶୀ ନୃତ୍ୟ ଶିଳ୍ପୀ ଓ ଗୁରୁ । ସେ, ୧୯୫୪ ମସିହା ଅଗଷ୍ଟ ୧୦ ତାରିଖରେ ଜଗତସିଂହପୁର ଜିଲ୍ଲାର ବାଲିକୁଦା ବ୍ଳକର ଚଅଁରପୁରଠାରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ବଳରାମ ରାଉତ ଓ ମାତାଙ୍କ ନାମ ଲବଣୀ ରାଉତ ଅଟେ । ଗାଁରେ ହେଉଥିବା ରାମଲୀଳା ଦେଖି, ତାଙ୍କର ନୃତ୍ୟପ୍ରତି ଆଗ୍ରହ ବଢିଥିଲା । ଚାକିରି କରିବା ପାଇଁ ସେ ଭୁବନେଶ୍ୱର ଚାଲି ଆସି ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟରେ ଓଡ଼ିଶୀ ଓ ଛଉ ନୃତ୍ୟ ଶିକ୍ଷାଗ୍ରହଣ କରିଥିଲେ । ବର୍ତ୍ତମାନ ସେ ଦେଶ ବିଦେଶରେ ଓଡ଼ିଶୀ ନୃତ୍ୟ ପରିବେଷଣ ଓ ଶିକ୍ଷାଦାନ କରୁଛନ୍ତି । ନୂପୁରୁ ଡାନ୍ସ ଏକାଡେମୀ ନାମରେ, ଭୁବନେଶ୍ୱରଠାରେ, ସେ ନିଜର ଏକ ନୃତ୍ୟାନୁଷ୍ଠାନ ପ୍ରତିଷ୍ଠା କରିଛନ୍ତି । ତାଙ୍କ ପତ୍ନୀ ଜ୍ୟୋତି ରାଉତ ମଧ୍ୟ ଜଣେ ଜଣାଶୁଣା ଓଡ଼ିଶୀ ନୃତ୍ୟ ଗୁରୁ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ବୁଧେଇ ଓଷା ଓଡ଼ିଶାରେ ପାଳିତ ଏକ ଓଷା । ଏହା ଭାଦ୍ରବ ମାସର ୪ଟି କିମ୍ବା ପାଞ୍ଚଟି ବୁଧବାରରେ ପାଳିତ ହୁଏ । କେତେକ ସ୍ଥାନରେ ୫ଟି ବୁଧବାରରେ ପାଳିତ ହୁଏ । ଅନେକ ଗହ୍ମାପୂର୍ଣ୍ଣିମାଠାରୁ ଇନ୍ଦୁପୂର୍ଣ୍ଣିମା ଆଉ କେତେକ ସଂକ୍ରାନ୍ତି ଅନୁଯାୟୀ ଭାଦ୍ର ସଂକ୍ରାନ୍ତିରୁ ଆଶ୍ୱିନ ସଂକ୍ରାନ୍ତିକୁ ହିସାବକୁ ନେଇଥାନ୍ତି । ସାଧାରଣତଃ ସଧବା ନାରୀମାନେ ସନ୍ତାନ କାମନା କରିବା ଓ ତାର ଶୁଭ ମନାସିବା ଉଦ୍ଦେଶ୍ୟ ନେଇ ଏହି ଓଷା କରିଥାନ୍ତି । ଏହି ଓଷାଟି ନିର୍ଜଳ ଭାବେ ନିଷ୍ଠାର ସହ ପାଳନ କରାଯାଏ ।
ଉଦୟଗିରି ଓ ଖଣ୍ଡଗିରି ଗୁମ୍ଫା ଅଧା ପ୍ରକୃତିକ ଓ ଅଧା ମଣିଷଦ୍ୱାରା ତିଆରି ଯାହାର ଐତିହାସିକ, ପୁରାତନ ତତ୍ତ୍ୱ ଓ ଧାର୍ମିକ ଗୁରୁତ୍ତ୍ୱ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱରଠାରେ ଅବସ୍ଥିତ । ଗୁମ୍ଫାଗୁଡିକ ଦୁଇଟି ପାହାଡ଼ ଉଦୟଗିରି ଓ ଖଣ୍ଡଗିରିରେ ରହିଛି ଯାହା ହାତୀଗୁମ୍ଫାର ଶିଳାଲେଖରେ କୁମାରୀ ପର୍ବତ ନାମରେ ମଧ୍ୟ ଜଣା ଓ ଏହି ଦୁଇ ପାହାଡ଼ ଉଭୟଙ୍କ ଆଡକୁ ମୁଁହାଇ ରାସ୍ତାର ଦୁଇ ପାଖରେ ଅଛନ୍ତି ।ଖଣ୍ଡଗିରିରେ ୧୫ଟି ଗୁମ୍ଫା ଥିବାବେଳେ ଉଦୟଗିରିରେ ୧୮ଟି ଗୁମ୍ଫା ରହିଛି । ହାତୀ ଗୁମ୍ଫା ନିକଟରେ ବାରଭୁଜା ଦେବୀଙ୍କର ଏକ ମନ୍ଦିର ଅଛି।
ଅପୂର୍ବ ରଞ୍ଜନ ରାୟ (୨ ଅକ୍ଟୋବର ୧୯୪୭ - ୨୭ ଅଗଷ୍ଟ ୨୦୧୬) ଜଣେ ଓଡ଼ିଆ ସାହିତ୍ୟିକ, ସମ୍ପାଦକ, ସାମ୍ବାଦିକ ଏବଂ ସଙ୍ଗଠକ ଥିଲେ । ସେ ପ୍ରାୟ ୫୦ରୁ ଅଧିକ ପୁସ୍ତକ ରଚନା କରିଥିଲେ ଏବଂ ଏକାଧିକ ପତ୍ରପତ୍ରିକା ସମ୍ପାଦନା କରୁଥିଲେ । ଦୂରଦର୍ଶନ ଓ ଆକାଶବାଣୀ (ରେଡ଼ିଓ ପ୍ରସାରଣ ସେବା)ର ସେ ଜଣେ ସ୍ୱୀକୃତିପ୍ରାପ୍ତ ଗୀତିକାର ଥିଲେ । ସେହି ସମୟରୁ ସେ ସାହିତ୍ୟ ରଚନା ଆରମ୍ଭ କରିଥିଲେ । ତାଙ୍କର କିଛି ଜଣାଶୁଣା ରଚନାବଳୀ ମଧ୍ୟରୁ କୁନ୍ତଳା କୁମାରୀ ଜୀବନୀ ଓ ପ୍ରତିଭା ଓ କବିତା ଶିକ୍ଷା ତଥା ତାଙ୍କ ସମ୍ପାଦିତ ପତ୍ରିକା ମଧ୍ୟରୁ କଥା କାହାଣୀ ଅନ୍ୟତମ । ସାହିତ୍ୟ ପ୍ରତି ତାଙ୍କର ଅବଦାନ ନିମନ୍ତେ ତାଙ୍କୁ ୨୦୧୩ ମସିହାରେ ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ସମ୍ବର୍ଦ୍ଧନା ଦିଆଯିବା ସହିତ ତାଙ୍କୁ ଓଡ଼ିଶା ସାହିତ୍ୟ ଏକାଡେମୀର ସାଧାରଣ ପରିଷଦକୁ ମନୋନୀତ କରାଯାଇଥିଲା । ତାଙ୍କୁ ଫକୀର ମୋହନ ବିଶ୍ୱବିଦ୍ୟାଳୟର ସିନେଟ ସଦସ୍ୟତା ମଧ୍ୟ ଦିଆଯା ଇଥିଲା ।
ରାକ୍ଷୀ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମା ମୁଖ୍ୟତଃ ଏକ ହିନ୍ଦୁ ପର୍ବ ଯାହା ଭାରତରେ ଓ ଭାରତବାସୀଙ୍କଦ୍ୱାରା ପାଳନ କରାଯାଏ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ ଭଉଣୀ, ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ ଓ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ, ବଦଳରେ ଭାଇ, ତାର ଭଉଣୀକୁ ରକ୍ଷା କରିବାର ସଂକଳ୍ପ ନେଇଥାଏ ।ଏହି ପର୍ବ ଶ୍ରାବଣ ମାସର ପୂର୍ଣ୍ଣମୀ ଦିନ ପାଳନ କରାଯାଇଥାଏ । ତେବେ ଅନ୍ୟ ରାଜ୍ୟମାନଙ୍କରେ ଏହି ଶ୍ରାବଣ ପୂର୍ଣ୍ଣିମାର ପର୍ବ ଭିନ୍ନ ରୀତିରେ ପାଳିତ ହେଇଆସୁଛି । ଗୁଜରାଟ, ମହାରାଷ୍ଟ୍ର, ଗୋଆ, କର୍ଣ୍ଣାଟକ ଆଦି ସ୍ଥାନରେ ଶ୍ରାବଣ ପୂର୍ଣ୍ଣିମା ନାରିକେଳ ପୂର୍ଣ୍ଣିମା ଭାବେ ପାଳିତ ହେଇଥାଏ । ଏହି ଦିନ ସମୂଦ୍ର ଦେବତା ବରୁଣଙ୍କୁ ନାରିକେଳ ବା ନଡ଼ିଆ ପ୍ରଦାନ କରାଯାଏ । ଉପକୂଳବର୍ତ୍ତୀ ଅଞ୍ଚଳ, ବିଶେଷ କରି ଯେଉଁମାନେ ନିଜର ଗୁଜରାଣ ମେଣ୍ଟାଇବା ପାଇଁ ସମୁଦ୍ର ଉପରେ ନିର୍ଭର କରିଥାନ୍ତି ସେମାଙ୍କ ପାଇଁ ଏହି ପର୍ବ ଯଥେଷ୍ଟ ମହତ୍ତ୍ୱ ରଖେ । ଗୁଜରାଟରେ ଏହି ଦିନ ପବିତ୍ରୋପନ ମଧ୍ୟ ପାଳିତ ହୋଇଥାଏ । ଶ୍ରାବଣର ପ୍ରତି ସୋମବାର ଶିବ ମନ୍ଦିରରେ ଜଳଲାଗି ସହ ପୂର୍ଣ୍ଣମୀରେ ଏହି ପର୍ବ ବହୁତ ଆଡ଼ମ୍ବର ସହିତ ପାଳିତ ହେଇଥାଏ । ଉତ୍ତର ଭାରତରେ ଏହି ପର୍ବ କାଜରି ପୂର୍ଣ୍ଣିମା ଭାବେ ଜଣାଶୁଣା । ଭଲ ଫସଲ ଉତ୍ପାଦନ ପାଇଁ ଏହି ଦିନ ଦେବୀଙ୍କୁ ପୂଜା କରାଯାଇଥାଏ । ତେବେ ଏହା ସବୁ ସ୍ଥାନରେ ନୁହେଁ, ସ୍ଥାନୀୟ ଭାବେ ପାଳିତ ହୋଇଥାଏ । ଉତ୍ତର ପ୍ରଦେଶ, ମଧ୍ୟ ପ୍ରଦେଶ ଓ ଛତିଶଗଡ଼ର କେତେକ ସ୍ଥାନରେ ଏହା ପାଳିତ ହେଇଥାଏ । ତେବେ ଦକ୍ଷିଣ ଭାରତରେ ଏହି ତିଥିକୁ ଅବନୀ ଅୱିଟ୍ଟମ୍ ପାଳନ କରାଯାଇଥାଏ । ଏହାକୁ ଓଡ଼ିଶାର ବ୍ରାହ୍ମଣଶାସନରେ ଶ୍ରାବଣୀ ବେଦଉପାକର୍ମ ମଧ୍ୟ କୁହାଯାଏ । ବ୍ରାହ୍ମଣମାନେ ଏହିଦିନ ପବିତ୍ର ବୁଡ଼ ପକାଇ ଶ୍ଲୋକ ଉଚ୍ଚାରଣ ସହ ଯଜ୍ଞୋପବୀତ ଧାରଣ କରିଥାନ୍ତି । ବ୍ରାହ୍ମଣଙ୍କଦ୍ୱାରା କରାଯାଉଥିବା ଉତ୍ସବକୁ ବ୍ରହ୍ମୟଜ୍ଞ ମଧ୍ୟ କୁହାଯାଏ ।