ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ , କୋଶଳ , କୋଙ୍ଗଦ , ଉଡ୍ର ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯- ୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ବିଶ୍ୱନାଥ କର, ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା, (୨୪ ଡିସେମ୍ବର ୧୮୬୪–୧୯ ଅକ୍ଟୋବର ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ସମାଜ ସଂସ୍କାରକ, ଶିକ୍ଷକ, ସଂପାଦକ, ପ୍ରାବନ୍ଧିକ, ବାଗ୍ମୀ ଥିଲେ । ସେ ଉତ୍କଳ ସାହିତ୍ୟ ପତ୍ରିକାର ସମ୍ପାଦକ ଥିଲେ ଓ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ତଥା ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ "ରାୟ ବାହାଦୁର" ଉପାଧୀ ପାଇ ତାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ ବିବିଧା ପ୍ରବନ୍ଧ ପୁସ୍ତକ ରଚନା କରିଥିଲେ । ପୁସ୍ତକଟି ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ ଉତ୍କଳ ସାହିତ୍ୟରେ ପୂର୍ବରୁ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱରଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧୀନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ .
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ରେବତୀ ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଏହା ସେହି ବର୍ଷ ଅକ୍ଟୋବର ମାସରେ ଉତ୍କଳ ସାହିତ୍ୟ ପତ୍ରିକାର ଦ୍ୱିତୀୟ ବର୍ଷ ଦଶମ ସଂଖ୍ୟା କାର୍ତ୍ତିକ ୧୩ ୧୯୦୬ରେ ପ୍ରଥମେ ପ୍ରକାଶ ପାଇଥିଲା । ଫକୀର ମୋହନ ଏହି ପତ୍ରିକାରେ ଶ୍ରୀ ଧୁର୍ଜଟି ନାମରେ ଏହି ଗଳ୍ପଟି ଲେଖିଥିଲେ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଥିଲା । ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଅଛି ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ନୀତୁ ସିଂହ ହିନ୍ଦୀ ଚଳଚ୍ଚିତ୍ରର ଜଣେ ପ୍ରସିଦ୍ଧ ଅଭିନେତ୍ରୀ। ସେ ଋଷି କପୁରଙ୍କ ପତ୍ନୀ। ସେ ୮ ବର୍ଷ ବୟସରେ “ବେବି ସୋନିଆ” ନାମରେ ଅଭିନୟ ଆରମ୍ଭ କରିଥିଲେ। ବାଳ ଅଭିନେତ୍ରୀ ଭାବେ ତାଙ୍କର ପ୍ରଥମ ଭୂମିକା ୧୯୬୬ ମସିହାରେ ସୂରଜ ଚଳଚ୍ଚିତ୍ରରେ ଥିଲା। ସେ ୧୯୬୬ ମସିହାରେ ପ୍ରଦର୍ଶିତ ଦସ ଲାଖ ଚଳଚ୍ଚିତ୍ରରେ “ରୂପା” ଏବଂ ଦୋ କଲିୟାଁ ଚଳଚ୍ଚିତ୍ରରେ ଦ୍ୱିତୀୟ ଭୂମିକା କରିଥିଲେ। ବାଳ ଅଭିନେତ୍ରୀ ଭାବେ ତାଙ୍କର ଅନ୍ୟାନ୍ୟ ଉଲ୍ଲେଖନୀୟ ଚଳଚ୍ଚିତ୍ର ହେଉଛି ୱାରିସ ଏବଂ ପବିତ୍ର ପାପୀ।
ଯୀଶୁ ବା ଯୀଶୁ ଖୀଷ୍ଟ ବା ଯୀଶୁ ମସୀହ ହେଉଛନ୍ତି ଖ୍ରୀଷ୍ଟ ଧର୍ମର ପ୍ରବର୍ତକ ଓ ମୂଳ ବ୍ୟକ୍ତିତ୍ୟ | ଖ୍ରୀଷ୍ଟ ଧର୍ମାବଲମ୍ବିଙ୍କ ଅନୁସାରେ ଯୀଶୁ ହେଉଛନ୍ତି ପରମେଶ୍ୱରଙ୍କ ପୁତ୍ର | ଯୀଶୁଙ୍କ ଜୀବନ ଏବଂ ଉପଦେଶ ବାଇବେଲର ନୁତନ ନିୟମରେ ବର୍ଣ୍ଣନା କରାଯାଇଛି। କାରଣ ସେ ହିଁ ଈଶ୍ୱରଙ୍କ ଅଦ୍ୱିତୀୟ ପୂତ୍ର ଅଟନ୍ତି । ଯେ କେହି ତାଙ୍କଠାରେ ବିଶ୍ୱାସ କରେ ସେ ବିନୋଷ୍ଟ ନୋ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହେବ।ଯୀୀଶୁ କହିଲେ ,ମୁଁ ପଥ, ସତ୍ୟ ଓ ଜୀବନ ;ମୋ ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଇ ପାରେ ନାହିଁ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ପୁରାତନ ଶିବ ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ୱରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
କବିସୂର୍ଯ୍ୟ ବଳଦେବ ରଥ (୧୭୭୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୭୯ ମସିହାରେ ଗଞ୍ଜାମ ଜିଲ୍ଲା ଆଠଗଡ଼(ଅଷ୍ଟଦୁର୍ଗ) ରାଜ୍ୟର ତ୍ରିପୁରାରୀ ଓତାଙ୍କ ଘରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ବ୍ରହ୍ମପୁର ଗଉଡ ସାହିରେ ପ୍ରାଣତ୍ୟାଗ କରିଥିଲେ ।
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ। ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ରତ୍ନାକର ଚଇନି( ୨୫ ଅଗଷ୍ଟ ୧୯୪୫ - ୧୮ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ନାଟ୍ୟକାର, ଗାଳ୍ପିକ ଓ ଔପନ୍ୟାସିକ ଓ ସମାଲୋଚକ ଥିଲେ । ଲେଖନୀ ଚାଳନା ସହ ଜଣେ ସାହିତ୍ୟ ସଂଗଠକ ଓ ଶିକ୍ଷାବିତ ଭାବେ ସେ ନିଜକୁ ପ୍ରତିଷ୍ଠିତ କରିଥିଲେ । ୨୦୧୦ ମସିହାରେ ସଂସ୍କାର ଭାରତୀ ଓ ଉତ୍କଳ ସାହିତ୍ୟ ସମାଜର ଅଧ୍ୟକ୍ଷ କାର୍ଯ୍ୟ ତୁଲାଇଥିଲେ । ତାଙ୍କର ଏଯାବତ ୧୧୧ ଖଣ୍ଡ ପୁସ୍ତକ ପ୍ରକାଶ ପାଇସାରିଛି ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ଷୋଡ଼ଶ ଶତାବ୍ଦୀର ପ୍ରମୁଖ ଓଡ଼ିଆ ସନ୍ଥ, କବି, ଦାର୍ଶନିକ ଏବଂ ତତ୍କାଳୀନ ପଞ୍ଚସଖାଙ୍କ ମଧ୍ୟରୁ ଅନ୍ୟତମ । ସେ ଆନୁମାନିକ ୧୬ଶ ଶତାବ୍ଦୀ ପ୍ରାରମ୍ଭରେ କଟକ ଜିଲ୍ଲା ତିଳକଣା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ ଏବଂ ଜଣାଣ ଏହିପରି ପାଖାପାଖି ୧୬୦,୦୦୦ ପଦ୍ୟାବଳୀ ସେ ରଚନା କରିଯାଇଛନ୍ତି । ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଆୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ତାଙ୍କୁ ଓଡ଼ିଶାର ପୁରପଲ୍ଳୀରେ 'ମହାପୁରୁଷ' ଭାବେ ଲୋକେ ଅଭିହିତ କରନ୍ତି ।
ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଗୋଟିଏ ସମ୍ଭ୍ରାନ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି।
ବ୍ରାହ୍ମ ସମାଜ ରାଜା ରାମମୋହନ ରାୟଙ୍କଦ୍ୱାରା ୧୮୨୮ ମସିହା ଅଗଷ୍ଟ ୨୦ ତାରିଖରେ ପ୍ରତିଷ୍ଠିତ ଏକ ଧାର୍ମିକ ଅନୁଷ୍ଠାନ। ବ୍ରହ୍ମ ସମାଜ ଥିଲା ରାଜା ରାମମୋହନ ରାୟଙ୍କର ଏକ ଅନବଦ୍ୟ ସୃଷ୍ଟି। ଏହି ଅନୁଷ୍ଠାନ ମାଧ୍ୟମରେ ହିଁ ସେ ଜନସାଧାରଣମାନଙ୍କୁ ତାଙ୍କ ବାଣୀ ପ୍ରଚାର କରିଥିଲେ। ଆଧ୍ୟତ୍ମିକତା, ସହିଷ୍ଣୁତା ଓ ସର୍ବ ଧର୍ମସମନ୍ୱୟ ଥିଲା ବ୍ରାହ୍ମ ସମାଜର ଆଦର୍ଶ। ରାମସେ ମେକଡୋନାଲଡଙ୍କ ଭାଷାରେ ବ୍ରାହ୍ମ ସମାଜ ହିନ୍ଦୁ ଧର୍ମକୁ ପରିତ୍ୟାଗ ନକରି ପାଶ୍ଚାତ୍ୟ ଜଗତର ଧର୍ମ ବିଶ୍ୱାସ ପ୍ରତି ଉଦାର ଓ ସହାନୁଭୂତି ସମ୍ପନ୍ନ ହେବାକୁ ଚେଷ୍ଟା କରୁଥିଲା। ଏହି ସମାଜଦ୍ୱାରା ରାମମୋହନ ହିନ୍ଦୁ ଧର୍ମର ରକ୍ଷଣଶୀଳତାକୁ ଦୂର କରିବା ନିମନ୍ତେ ଚେଷ୍ଟା କରି କେତେକାଂଶରେ କୃତକାର୍ଯ୍ୟ ହୋଇଥିଲେ। ବାସ୍ତବପକ୍ଷେ ଭାରତୀୟମାନଙ୍କ ମନରେ ସ୍ୱାଧୀନ ଚିନ୍ତାଧାରା ଓ ଦୁଃସାହାସିକ ମନୋଭାବର ବୀଜ ବପନ କରିବାରେ ସାହାଯ୍ୟ କରିଥିଲା ବ୍ରହ୍ମ ସମାଜ। ପରେ ପରେ ଏହି ବୀଜ ଏକ ବିରାଟ ବୃକ୍ଷରେ ପରିଣତ ହୋଇ ସ୍ୱାଧୀନତା ଲାଭ ନିମନ୍ତେ ସଂଗ୍ରାମ କରିବାକୁ ଭାରତୀୟମାନଙ୍କୁ ପ୍ରୋତ୍ସାହିତ କରିଥିଲା। ଏହା ଏକ ପ୍ରଭାବଶାଳୀ ଧାର୍ମିକ ଆନ୍ଦୋଳନ ମଧ୍ୟରୁ ଅନ୍ୟତମ ଥିଲା, ଯାହା ଆଧୁନିକ ଭାରତ ନିର୍ମାଣର ବିଶ୍ୱାସଯୋଗ୍ୟ ।
ବନମାଳୀ ଦାସ (୧୭୨୦-୧୭୯୩) ଅଷ୍ଟାଦଶ ଶତାବ୍ଦୀର ପ୍ରମୁଖ ଓଡ଼ିଆ ଭକ୍ତକବି ଓ ଓଡ଼ିଶୀ ସଙ୍ଗୀତକାର ଥିଲେ । "ଦୀନବନ୍ଧୁ ଦଇତାରୀ" , "କେଡେ ଛନ୍ଦ ଜାଣେ ଲୋ ସହି" , ଜଗନ୍ନାଥ କିଛି ମାଗୁ ନାହିଁ ତୋତେ"ମଣିମା ହେ ଏତିକି ମାଗୁଣି ମୋର" ଇତ୍ୟାଦି ତାଙ୍କର ଅନେକ ଜଣାଶୁଣା ରଚନା ଓ ଓଡ଼ିଶୀ ସଙ୍ଗୀତରେ ବ୍ୟବହୃତ । ତାଙ୍କ ଲୋକପ୍ରିୟ ଗୀତସବୁ ପର୍ବପର୍ବାଣି, ଜନସମାଗମ ସ୍ଥଳ ଓ ଓଡ଼ିଶୀ ସଙ୍ଗୀତରେ ବୋଲାଯାଇଥାଏ । ସେ ମଧ୍ୟଯୁଗୀୟ ଓଡ଼ିଆ ଭକ୍ତି-ସାହିତ୍ୟର ଆଦି କବି ଭାବେ ଜଣା । ପ୍ରାରମ୍ଭିକ ଭାବେ କେବଳ ପ୍ରେମ କାବ୍ୟ ରଚନା ଆରମ୍ଭ କରିଥିଲେ ମଧ୍ୟ ପରେ ତାଙ୍କ ରଚନାଗୁଡ଼ିକ ଅଧିକ ଲୋକାଦୃତି ଲାଭ କରିଥିଲା ଓ ସେ ନିଜ ସମକାଳୀନ କବିମାନଙ୍କ ମଧ୍ୟରେ ଜଣାଶୁଣା ଥିଲେ ।
ଦ୍ରୌପଦୀ ମୁର୍ମୁ (ଜନ୍ମ: ୨୦ ଜୁନ ୧୯୫୮) ଜଣେ ଭାରତୀୟ ରାଜନୀତିଜ୍ଞା ଓ ଭାରତର ୧୫ତମ ତଥା ବର୍ତ୍ତମାନର ରାଷ୍ଟ୍ରପତି । ଭାରତର ରାଷ୍ଟ୍ରପତି ହେବାରେ ସେ ପ୍ରଥମ ଆଦିବାସୀ । ସେ ଭାରତୀୟ ଜନତା ପାର୍ଟିର ଦଳୀୟ ପ୍ରାର୍ଥୀ ଭାବେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରୁ ଦୁଇଥର (୨୦୦୦ ଏବଂ ୨୦୦୪ରେ) ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ଝାଡ଼ଖଣ୍ଡର ରାଜ୍ୟପାଳ (୨୦୧୫-୨୦୨୧) ଭାବରେ କାର୍ଯ୍ୟ କରିଥିଲେ । ବିଜୁ ଜନତା ଦଳ ଏବଂ ଭାରତୀୟ ଜନତା ପାର୍ଟିର ସଂଯୁକ୍ତ ଶାସନ ବେଳେ ସେ ବାଣିଜ୍ୟ ଏବଂ ଗମନାଗମନ ବିଭାଗର ସ୍ୱାଧୀନ ମନ୍ତ୍ରୀ ଭାବେ ୨୦୦୦ ମାର୍ଚ୍ଚ ୬ରୁ ୨୦୦୨ ଅଗଷ୍ଟ ୬ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ ଏବଂ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗରେ ମନ୍ତ୍ରୀ ଭାବେ ୨୦୦୨ ଅଗଷ୍ଟ ୬ରୁ ୨୦୦୪ ମଇ ୧୬ ପର୍ଯ୍ୟନ୍ତ କାର୍ଯ୍ୟକରିଥିଲେ ।
ସର୍ଦ୍ଦାର ବଲ୍ଲଭଭାଇ ପଟେଲ(୩୧ ଅକ୍ଟୋବର ୧୮୭୫-୧୫ ଡିସେମ୍ବର ୧୯୫୦) ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ, ଓକିଲ, ଭାରତୀୟ ଜାତୀୟ କଂଗ୍ରେସର ସଭ୍ୟ ଥିଲେ । ଭାରତର ସ୍ୱାଧୀନତା ସଂଗ୍ରାମରେ ତାଙ୍କ ଭୂମିକା ଗୁରୁତ୍ୱପୁର୍ଣ୍ଣ ଥିଲା । ସ୍ୱାଧୀନ ଭାରତର ସେ ପ୍ରଥମ ଉପ-ପ୍ରଧାନମନ୍ତ୍ରୀ ଥିଲେ । ସ୍ୱାଧୀନତା ସମୟରେ ବିନା ରକ୍ତପାତରେ ଭାରତର ପ୍ରାୟ ସମସ୍ତ ରାଜ୍ୟଗୁଡ଼ିକୁ ଏକାଠି କରିବାରେ ତାଙ୍କର ଅବଦାନ ନିମିତ୍ତ ତାଙ୍କୁ "ଲୌହ ମାନବ" ଉପାଧି ମିଳିଥିଲା । ତାଙ୍କର ସ୍ମୃତିରେ ୨୦୧୪ ମସିହାରୁ ପ୍ରତିବର୍ଷ ତାଙ୍କର ଜନ୍ମତିଥି ୩୧ ଅକ୍ଟୋବରକୁ ରାଷ୍ଟ୍ରୀୟ ଏକତା ଦିବସ ରୂପେ ପାଳନ ହୋଇ ଆସୁଅଛି । ୩୧ ଅକ୍ଟୋବର ୨୦୧୮ ତାରିଖରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କଦ୍ୱାରା ଦେଶବାସୀଙ୍କ ଉଦ୍ଦେଶ୍ୟରେ ତାଙ୍କର ଏକ ୧୮୨ ମିଟର ପ୍ରତିମୂର୍ତ୍ତି ଉଦଘାଟନ କରିଥିଲେ । ଏହାକୁ ଏକତାର ପ୍ରତିମୂର୍ତ୍ତି ଭାବରେ ସମ୍ବୋଧନ କରାଯାଉଛି । ଏହା ଉଦଘାଟନ ସମୟରେ ବିଶ୍ୱର ସର୍ବୋଚ୍ଚ ପ୍ରତିମୂର୍ତ୍ତି ଥିଲା ।
ମାଣିକେଶ୍ୱରୀ ଜଣେ ହିନ୍ଦୁ ଦେବୀ । ସେ କଳାହାଣ୍ଡିର ନାଗବଂଶୀ ରାଜାମାନଙ୍କ ଇଷ୍ଟଦେବୀ । ସେ ଭବାନୀପାଟଣାସ୍ଥିତ ରାଜଉଆସ ପରିସର ମଧ୍ୟରେ ପୂଜା ପାଉଛନ୍ତି । ଏହି ରାଜ ବଂଶର ରାଜା ଉଦିତପ୍ରତାପ ଦେଓ ତାଙ୍କ ରାଜତ୍ୱର (ଖ୍ରୀଷ୍ଟାବ୍ଦ ୧୮୫୪-୧୮୮୧) ଅନ୍ତିମ ପାଦରେ ବର୍ତ୍ତମାନର ମାଣିକେଶ୍ୱରୀ ମନ୍ଦିରର ଭିତ୍ତି ସ୍ଥାପନ କରିଥିଲେ ଓ ତାଙ୍କ ନାତି ରାଜା ବ୍ରଜମୋହନ ଦେଓଙ୍କ ରାଜତ୍ୱ (ଖ୍ରୀଷ୍ଟାବ୍ଦ ୧୯୧୬-୧୯୩୯) ସମୟରେ ଏହି ମନ୍ଦିର ନିର୍ମାଣ ସମ୍ପୂର୍ଣ୍ଣ ହୋଇଥିଲା । ମନ୍ଦିରର ପଶ୍ଚାତ ଦେଶର ତିନି ଦିଗରେ ଥିବା ତିନିଟି କ୍ଷୁଦ୍ର ରେଖା ‘ଦଶ ମହାବିଦ୍ୟା ଦେବୀ’, ବୈଷ୍ଣବୀ, ବରାହୀ ଓ ନରସିଂହଙ୍କ ପ୍ରତିମୂର୍ତ୍ତି ପୂଜା ପାଉଛି । ମହାକାଳ ଭୈରବ ବୁଢ଼ାରାଜା ନାମରେ ପୂଜିତ ହେଉଛନ୍ତି । ବୁଢ଼ାରାଜା ମନ୍ଦିରର ଦ୍ୱାର ବର୍ଷସାରା ବନ୍ଦ ରହୁଥିବା ବେଳେ, ଏହା କେବଳ ଦଶହରା ସମୟରେ ମହାସପ୍ତମୀ ଅର୍ଦ୍ଧରାତ୍ରୀରେ ମନ୍ଦିର ଖୋଲାଯାଇଥାଏ ଓ ପୁଣି ବିଜୟା ଦଶମୀ ଦିନ ବନ୍ଦ କରିଦିଆଯାଏ । ମାଣୀକେଶ୍ୱରୀ ମନ୍ଦିରର ଗର୍ଭଗୃହରେ ସ୍ଥାପିତ ମାଣିକେଶ୍ୱରୀଙ୍କ ମୁର୍ତ୍ତି ଏକ ସ୍ତମ୍ବାକାର ଶରୀର ଉପରେ ମସ୍ତକ ସ୍ଥାପନ କରାଯାଇଥିବା ପରି ପ୍ରତୀୟମାନ ହୁଏ । ମାଣିକେଶ୍ୱରୀଙ୍କ କୌଣସି ପ୍ରତିମା ନଥାଇ ବସ୍ତ୍ରର ଆବରଣ ତଳେ ଏକ ସ୍ତମ୍ବ ରହିବା ତାତ୍ପର୍ଯ୍ୟପୂର୍ଣ୍ଣ । ପ୍ରତିବର୍ଷ ମୂଳାଷ୍ଟମୀ ରାତ୍ରିରେ ଦେବୀଙ୍କ ପୁରାତନ ମସ୍ତକକୁ ବିସର୍ଜିତ କରାଯାଇ ରତ୍ନଅଳଙ୍କାର ଖଚିତ ନୂତନ ମୃଣ୍ମୟ ମସ୍ତକ ସ୍ଥାପନ କରାଯାଏ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୁଖ୍ୟ ୩୨ ବେଶ ମଧ୍ୟରୁ ପ୍ରତିବର୍ଷ ୩୦ଟି ବେଶ ସମ୍ପନ୍ନ ହେଲା ବେଳେ ଅନ୍ୟ ଦୁଇଟି ବେଶ ବିରଳ ମୂହୁର୍ତ୍ତରେ ସମ୍ପନ୍ନ ହୋଇଥାଏ । ଏହି ଦୁଇଟି ବିରଳ ବେଶ ହେଲା ରଘୁନାଥ ବେଶ ଓ ନାଗାର୍ଜୁନ ବେଶ । ଅପ୍ରେଲ ୨୭ ଓ ମଇ ୩, ୧୯୦୫ ମସିହା ପରଠାରୁ ରଘୁନାଥ ବେଶ ଆଉ ହୋଇନଥିବା ବେଳେ ୨୦୨୧ ମସିହା ପରେ ଆଉ ନାଗାର୍ଜୁନ ବେଶ ଯୋଗ ପଡ଼ିନାହିଁ । ଏ ସବୁ ବେଶ ମଧ୍ୟରୁ କେତେକ ବେଶରେ ମହାପ୍ରଭୁ ଜଗନ୍ନାଥଙ୍କ ପୋଷାକ କେବଳ ବଦଳୁଥିବା ବେଳେ ଆଉ କେତେକ କ୍ଷେତ୍ରରେ ତାଙ୍କର ଅବତାର ବଦଳିଯାଇଥାଏ, ଯଥା କେତେବେଳେ ସେ ବିଷ୍ଣୁ ତ ଆଉ କେତେବେଳେ ଶିବ, ରାମ-କୃଷ୍ଣାଦି ରୂପ ଧାରଣ କରିଥାନ୍ତି । ପୁଣି ମହାପ୍ରଭୁମାନଙ୍କ ସବୁଯାକ ବେଶରେ ଜଗନ୍ନାଥ ମୁଖ୍ୟ ଭୂମିକାରେ ରହୁଥିବା ବେଳେ କେବଳ ପ୍ରଳମ୍ବାସୁରବଦ୍ଧ ଓ ହରିହର ବେଶରେ ବଳଭଦ୍ର ମୂଖ୍ୟ ଭୂମିକା ଗ୍ରହଣ କରନ୍ତି । ଜଗନ୍ନାଥଙ୍କ ମୂଖ୍ୟ ୩୨ ବେଶ ମଧ୍ୟରୁ କେତେକ ବେଶ ବର୍ଷକରେ ଏକାଧିକବାର ସଂପନ୍ନ ହୋଇଥାଏ । ଯଥା: - ସୁନାବେଶ ପାଞ୍ଚଥର ଓ ଶ୍ରାଦ୍ଧ ବେଶ ତିନିଦିନ, ଝୁଲଣ ସନ୍ଧ୍ୟା ବେଶ ସାତଦିନ, ଚନ୍ଦନଲାଗି ବେଶ ବୟାଳିଶ ଦିନ, ରାଧାଦାମୋଦର ବେଶ ଏକମାସ ଏବଂ ତିନୋଟି ବେଶ ପ୍ରତ୍ୟହ ସଂପନ୍ନ ହୋଇଥାଏ ।
ପୂର୍ବ ଉପକୂଳରେ ଅବସ୍ଥିତ ଭାରତର ୨୮ଟି ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟ ଅଛନ୍ତି । ଓଡ଼ିଆ ଓଡ଼ିଶାର ସରକାରୀ ଓ ବହୁଳତମ କଥିତ ଭାଷା ଏବଂ ୨୦୦୧ ଜନଗଣନା ଅନୁସାରେ ୩.୩୨ କୋଟି (୩୩.୨ ନିୟୁତ) ଲୋକ ଏଥିରେ କଥାହୁଅନ୍ତି । ଆଧୁନିକ ଓଡ଼ିଶା ପ୍ରଦେଶ ୧୯୩୬ ଏପ୍ରିଲ ୧ ତରିଖରେ ବ୍ରିଟିଶ ଶାସିତ ଭାରତର ଏକ ପ୍ରଦେଶ ଭାବରେ ମୁଖ୍ୟତଃ ଓଡ଼ିଆଭାଷୀ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା । ଏପ୍ରିଲ ୧ ତାରିଖକୁ ଉତ୍କଳ ଦିବସ ଭାବେ ପାଳନ କରାଯାଏ । ପ୍ରାକ୍-ଐତିହାସିକ ଯୁଗରୁ ଓଡ଼ିଶାର ସଭ୍ୟତାର କ୍ରମବିକାଶ ହୋଇଥିଲା । ଖ୍ରୀ.ପୂ.
ଚନ୍ଦ୍ରପକ୍ଷର ଏକାଦଶ ଦିବସ - ଚନ୍ଦ୍ରର ଏକାଦଶ କଳାର ହ୍ରାସ ବା ବୃଦ୍ଧିଜନିତ ତିଥି । କୃଷ୍ଣପକ୍ଷର ଏକାଦଶୀକୁ କୃଷ୍ଣା ଏକାଦଶୀ ଓ ଶୁକ୍ଳପକ୍ଷର ଏକାଦଶୀକୁ ଶୁକ୍ଳା ଏକାଦଶୀ କୁହାଯାଇଥାଏ । ଏକାଦଶୀ ତିଥିରେ କେତେକ ବିଶେଷ ନକ୍ଷତ୍ରର ସଂଯୋଗ ଘଟିଲେ ତାହାକୁ ଜୟା-ବିଜୟା-ଜୟନ୍ତୀ ଓ ପାପନାଶିନୀ କହାଯାଏ । ତେବେ ୨୪ ଏକାଦଶୀର ନାମ ରହିଛି । ସେଗୁଡିକ ହେଲା ଉତ୍ପନ୍ନା, ମୋକ୍ଷଦା, ସଫଳା, ପୁତ୍ରଦା, ଷଟ୍ତିଳା, ଜୟା (ଭୌମୀ), ବିଜୟା, ଆମଳକୀ(ଅଅଁଳା) , ପାପମୋଚନୀ, କାମଦା, ବରୁଥିନୀ, ମୋହିନୀ, ଅପରା, ନିର୍ଜଳା ଅଥବା ଭୀମସେନୀ, ଯୋଗିନୀ, ହରିଶୟନୀ (ପଦ୍ମା), କାମିକା (କାମଦା), ପୁତ୍ରଦା, ଅଜା, ପଦ୍ମା (ପୁତ୍ରଦା), ଇନ୍ଦିରା, ପାପଙ୍କୁଶା, ରମ୍ଭା ଓ ପ୍ରବୋଧିନୀ ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଯଶୋଧାରା ମିଶ୍ର (ଜନ୍ମ ୬ ଜାନୁଆରୀ ୧୯୫୧) ଓଡ଼ିଶାରେ ଜନ୍ମିତ ଜଣେ ଇଂରାଜୀ ପ୍ରଫେସର, ଔପନ୍ୟାସିକ, କ୍ଷୁଦ୍ରଗଳ୍ପ ଲେଖକ, କବି, ଗାଳ୍ପିକ ଏବଂ ଅନୁବାଦକ । ସେ ଓଡ଼ିଆ ବ୍ୟତୀତ ଇଂରାଜୀ ଏବଂ ହିନ୍ଦୀ ଭାଷାରେ ମଧ୍ୟ ଲେଖିଥାନ୍ତି । ତାଙ୍କ ଗଳ୍ପ ଗୁଡ଼ିକ ଅନ୍ୟ ଭାରତୀୟ ଭାଷାରେ ଅନୁବାଦ କରାଯାଇ ପତ୍ରିକା ଗୁଡ଼ିକରେ ପ୍ରକାଶିତ ହୋଇଛି । ତାଙ୍କର ଲେଖାଗୁଡ଼ିକ ଓଡ଼ିଶା ଏବଂ ମଧ୍ୟପ୍ରଦେଶ ବିଦ୍ୟାଳୟ ଏବଂ ବିଶ୍ୱବିଦ୍ୟାଳୟର ପାଠ୍ୟକ୍ରମରେ ଦେଖିବାକୁ ମିଳେ । ୨୦୦୭ରେ ତାଙ୍କର ଗଳ୍ପ 'ବର' ଦୂରଦର୍ଶନଦ୍ୱାରା ଶ୍ରେଷ୍ଠ ଚଳଚ୍ଚିତ୍ର ଭାବେ ବଛା ହୋଇଥିଲା । କେନ୍ଦ୍ର ସାହିତ୍ୟ ଏକାଡେମୀର ମୁଖପାତ୍ର "ଦି ଇଣ୍ଡିଆନ ଲିଟରେଚର"ର ସମ୍ପାଦକ ଭାବରେ ସେ କାର୍ଯ୍ୟ କରିଥିଲେ ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।