ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା, ଇଂରାଜୀ: Madhusudan Das) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ଵିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ଵିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ଵଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ହଜ (ଆରବୀ : (حج ହଜ "ତୀର୍ଥଯାତ୍ରା"), ଏକ ଇସଲାମୀୟ ତୀର୍ଥଯାତ୍ରା ଏବଂ ମୁସଲିମ ମାନଙ୍କ ପବିତ୍ର ସହର ମକ୍କା ସହର ରେ ପ୍ରତିବର୍ଷ ହେଉଥିବା ବିଶ୍ୱର ସବୁଠାରୁ ସମ୍ମେଳନ ଅଟେ । ଏହା ଇସ୍ଲାମର ପାଞ୍ଚୋଟି ସ୍ତମ୍ଭରୁ ଏକ ଅଟେ, ତାସହ ଏହା ଏକ ଧାର୍ମିକ କର୍ତ୍ତବ୍ୟ ଅଟେ ଯାହା ନିଜ ଜୀବନ କାଳରେ ଅତି କମରେ ଗୋଟିଏ ଥର ପୁରଣ କରିବା ସମସ୍ତ ମୁସଲମାନ , ସେ ସ୍ତ୍ରୀ ହେଉ କିମ୍ବା ପୁରୁଷର କର୍ତ୍ତବ୍ୟ ଅଟେ ଯାହାର କି ସକ୍ଷମ ଶରୀର ହେବା ସହ ଏହାର ଖର୍ଚ୍ଚ ଉଠେଇବାରେ ସମର୍ଥ ହୋଇପାରୁଥିବେ । ଶାରୀରିକ ଏବଂ ଆର୍ଥିକ ରୂପରେ ହଜ କରିବାରେ ସକ୍ଷମ ହେବାର ସ୍ଥିତିକୁ ଇସ୍ତି'ତାହ କୁହାଯାଏ ଏବଂ ଯେଉଁ ମୁସଲମାନ ମାନେ ଏହି ସର୍ତ୍ତକୁ ପୁରଣ କରନ୍ତି ସେମାନଙ୍କୁ ମୁସ୍ତାତି କୁହାଯାଇଥାଏ । ହଜ ମୁସଲମାନ ମାନଙ୍କର ଏକଜୁଟ ପ୍ରଦର୍ଶନୀ ହେବା ସହ ସେମାନଙ୍କ ଆଲ୍ଲାହ(ଈଶ୍ୱର)ଙ୍କୁ ବିଶ୍ୱାସ କରିବାର ଏକ ମୁଖ୍ୟ ଆଦର୍ଶ ଅଟେ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କ ଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
କ୍ରାନ୍ତିରେଖା (Tropics) ଦୁନିଆର ଏପରି ଏକ କଟିବନ୍ଧ ଅଟେ ଯାହା ଭୂମଧ୍ୟ ରେଖାରୁ ଅକ୍ଷାଂଶ ୨୩°୨୬'୧୬" ଉତ୍ତରରେ କର୍କ ରେଖା ଏବଂ ଅକ୍ଷାଂଶ ୨୩°୨୬'୧୬" ଦକ୍ଷିଣରେ ମକର ରେଖା ପର୍ଯ୍ୟନ୍ତ ସୀମିତ । କର୍କ ଏବଂ ମକର ରେଖାରେ ଏକ ସୂର୍ଯ୍ୟ ବର୍ଷରେ ଗୋଟିଏ ଥର ଏମାନଙ୍କ ମଝିର ପୁରା କ୍ଷେତ୍ରରେ ଏକ ସୂର୍ଯ୍ୟ ବର୍ଷରେ ଦୁଇଥର ସୂର୍ଯ୍ୟ ଠିକ ମୁଣ୍ଡ ଉପରେ ହୋଇଥାନ୍ତି । ବିଶ୍ୱ ଆବାଦୀର ଏକ ବଡ ଭାଗ (ପାଖାପାଖି ୪୦℅) ଏହି କ୍ଷେତ୍ରରେ ରହିଥାଏ ଏବଂ ଏହା ଅନୁମାନିତ ହୁଏକି ବଢୁଥିବା ଜନସଂଖ୍ୟା କାରଣରୁ ଏହି ଆବାଦୀ ଆହୁରି ବଢିଯିବ । ଏହା ପୃଥିବୀର ସବୁଠାରୁ ଗରମ କ୍ଷେତ୍ର ଅଟେ କାରଣ, ଅକ୍ଷୀୟ ନଇଁବା କାରଣରୁ ସୂର୍ଯ୍ୟର ଅଧିକତମ ଉଷ୍ମ ଭୂମଧ୍ୟ ରେଖା ଏବଂ ଏହାର ଆଖ-ପାଖର ଅଞ୍ଚଳରେ କେନ୍ଦ୍ରିତ ହୋଇଥାଏ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ଵାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ଵବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ଵତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି । ତାଙ୍କର ଲେଖା ଗଭୀର ସତକଥା, ନାନା ଅସୁବିଧା ଭିତରେ ଲୁଚି ରହିଥିବା ଘଟଣା, ଏକାସାଙ୍ଗରେ ବ୍ୟଙ୍ଗ ଓ ଗଭୀର ଦର୍ଶନରେ ଭରା ।
ଉପବାସ ଶବ୍ଦକୁ ଲୋକେ ଉପାସ ବୋଲି କହିଥାନ୍ତି । ଆଂଶିକ ଖାଦ୍ୟ ଗ୍ରହଣ କରିବା କିମ୍ବା ଖାଦ୍ୟ ଗ୍ରହଣ କରିବା ଅନିଚ୍ଛାକୁ ଉପବାସ କୁହାଯାଏ । ଏହା ସାଧାରଣତଃ ୨୪ ଘଣ୍ଟା ପାଇଁ କିମ୍ବା ସାମୟିକ ଭାବେ ଅତିକମରେ ୧୨ ଘଣ୍ଟାରୁ ଆରମ୍ଭ କରି ଅନିର୍ଦ୍ଦିଷ୍ଟ କାଳ ପାଇଁ ପାଳନ କରାଯିବାର ଦେଖାଯାଏ । ଜଳ ଉପବାସରେ କେବଳ ଜଳ ଗ୍ରହଣ କରାଯାଏ । ପ୍ରାୟ ସମସ୍ତ ଧର୍ମର ଲୋକେ ବିଭିନ୍ନ ନାମରେ ଏହାକୁ ପାଳନ୍ତି । ଖାଦ୍ୟଭାବରୁ ମଧ୍ୟ ଅନେକ ଲୋକ ଉପାସେ ରୁହନ୍ତି ।ଧର୍ମପ୍ରାଣ ବ୍ୟକ୍ତିମାନେ ଏହାକୁ ଅତି ନିଷ୍ଠାର ସହ ପାଳନ କରନ୍ତି ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲା ଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତି କୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨) ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଭୁବନେଶ୍ଵର ଭୁବନେଶ୍ଵର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ଵର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ଵର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କ ଦ୍ଵାରା ବିଶେଷ ଆଦୃତ ହୋଇଅଛି ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ା ଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ସୋମବାର ହେଲା ସପ୍ତାହର ଏକ ଦିନ ଯାହା ରବିବାର ପରେ ଓ ମଙ୍ଗଳବାର ପୂର୍ବରୁ ଆସେ । ଏହାକୁ ସପ୍ତାହର ପ୍ରଥମ ଦିନ ଭାବେ ଗଣାଯାଏ ଓ କାର୍ଯ୍ୟାଳୟ ଗୁଡିକରେ ଏହି ଦିନ କାମ ଆରମ୍ଭ ହୁଏ । ସୁଖୀ ଦାମ୍ପତ୍ୟ ଜୀବନ ତଥା ସନ୍ତାନ ପ୍ରାପ୍ତି ପାଇଁ ଏହିଦିନ ଭଗବାନ ଶିବ ଓ ମା'ପାର୍ବତୀଙ୍କୁ ପୂଜା କରାଯାଏ । ଭଗବାନ ଶିବଙ୍କୁ ଧଳାଫୁଲ, ବେଲପତ୍ର ଚଢାଇବା ସହ ଶିବସ୍ତୋତ୍ର, ଶିବଚାଳିଶା, ରୁଦ୍ରାଷ୍ଟକ ମନ୍ତ୍ର ଜପ କରାଯାଏ । ଥଣ୍ଡାଜନିତ ବିଭିନ୍ନ ରୋଗରୁ ରକ୍ଷା ପାଇବା ପାଇଁ ସୋମବାର ଦିନ ଚନ୍ଦ୍ରଙ୍କ ବ୍ରତ ରଖାଯାଏ ।
ଫୋଲିକ ଏସିଡ (ଇଂରାଜୀ ଭାଷାରେ Folic acid, ବା ଫୋଲେଟ/folate ଏକ ପ୍ରକାର ଭିଟାମିନ ଯାହା ଜୀବସାର ଖ (ଭିଟାମିନ ବି) ଦଳର ସଦସ୍ୟ । ଗର୍ଭାବସ୍ଥାରେ ନିଉରାଲ ଟ୍ୟୁବ ତୃଟି (neural tube defects ବା ଏନଟିଡି/NTDs) ପ୍ରତିରୋଧ ନିମନ୍ତେ ଏହାକୁ ଏକ ଖାଦ୍ୟ ପରିପୂରକ (supplement) ଭାବରେ ଦିଆଯାଏ । ଫୋଲିକ ଏସିଡ ଅଭାବ (folic acid deficiency) ଜନିତ ଆନିମିଆ ରୋଗର ଚିକିତ୍ସାରେ ଏହା ବ୍ୟବହାର କରାଯାଏ । ପଚାଶରୁ ଅଧିକ ଦେଶରେ ଜନସଂଖ୍ୟାରେ ଏନଟିଡି ହାର କମେଇବା ନିମନ୍ତେ କେତେକ ଖାଦ୍ୟରେ ଫୋଲିକ ଏସିଡ ମିଶେଇ ଖାଦ୍ୟ ଦୁର୍ଗୀକରଣ (fortification of certain foods) କରାଯାଏ । ହୃତ୍ପିଣ୍ଡ ରୋଗମାନଙ୍କର (heart disease) ଚିକିତ୍ସା ବା ପ୍ରତିଷେଧରେ ଏହା ବ୍ୟବହାର ଉପଯୋଗୀ ନ ଥିବା ଜଣାଯାଇଛି । ଏହା ପାଟିରେ ବା ଇଞ୍ଜେକସନ ଆକାରରେ ଦିଆଯାଏ ।
ପାଇରିଡକ୍ସିନ (ଇଂରାଜୀ ଭାଷାରେ Pyridoxine, ଅନ୍ୟ ନାମ ଭିଟାମିନ ବି ୬/vitamin B6 ଓ ପାଇରିଡକ୍ସଲ/pyridoxol) ଏକ ପ୍ରକାର ଜୀବସାର ଖ୬ ଯାହା ସାଧାରଣତଃ ଖାଦ୍ୟରେ ମିଳେ ଓ ଖାଦ୍ୟ ଅନୁପୂରକରେ (dietary supplement) ଦିଆଯାଇଥାଏ । ଖାଦ୍ୟ ଅନୁପୂରକ ଭାବରେ ଏହା ଚିକିତ୍ସା ଓ ପ୍ରତିଷେଧ ନିମନ୍ତେ ଦିଆଯାଉଥିବା ରୋଗମାନଙ୍କ ନାମ ଯଥାକ୍ରମେ ପାଇରିଡକ୍ସିନ ଅଭାବ (pyridoxine deficiency), ସିଡେରୋବ୍ଲାସ୍ଟିକ ଆନିମିଆ (sideroblastic anaemia), ପାଇରିଡକ୍ସିନ-ଡିପେଣ୍ଡେଣ୍ଟ ଏପିଲେପ୍ସି (pyridoxine-dependent epilepsy), କେତେକ ମେଟାବୋଲିକ ଡିଜଅର୍ଡ଼ର (metabolic disorders), ଆସୋନିଆଜିଡ (isoniazid) ସମସ୍ୟା ଓ ଛତୁ ବିଷକ୍ରିୟା (mushroom poisoning) । ଏହା ପାଟିରେ ବା ଇଞ୍ଜେକସନ ଆକାରରେ ଦିଆଯାଏ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପ୍ରୁଷ୍ଠା, ଖେଳ ପ୍ରୁଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଚମ୍ପା ଏକ ଦ୍ରୁମ ଜାତୀୟ ଉଦ୍ଭିଦ। ଶ୍ୱେତଚମ୍ପା, କନକଚମ୍ପା ଭେଦରେ ଏହା ଦୁଇ ପ୍ରକାରର । ଏହା ଛଡ଼ା ଗୋବରି ଚମ୍ପା, ଜହୁରି ଚମ୍ପା, ଚିନିଚମ୍ପା ବା ଚେଣିଚମ୍ପା, ଦୋଳିଚମ୍ପା, ଭୁଇଁ ଚମ୍ପା, ସୁଲତାନୀ ଚମ୍ପା ଓ କାଠଚମ୍ପା ପରି ଅନେକ ପ୍ରକାରର ଚମ୍ପା ରହିଛି। ହେଲେ ଏଗୁଡ଼ିକ ଚମ୍ପକ ଜାତିର ନୁହେଁ । ଏଥି ମଧ୍ୟରେ ଶ୍ୱେତ ଓ କନକଚମ୍ପା ପ୍ରଧାନ । କନକଚମ୍ପା ଏମାନଙ୍କ ଭିତରେ ଶ୍ରେଷ୍ଠ, ଏହାର ଫୁଲ ହଳଦିଆ ରଙ୍ଗର ଓ ସୁଗନ୍ଧଯୁକ୍ତ । ଚମ୍ପାଫୁଲ ଭିତରେ ଥିବା କେଶରରେ ଅତି ଛୋଟ ଛୋଟ ପୋକ ରହିଥାନ୍ତି। ଏହାକୁ ଶୁଙ୍ଘିଲାମାତ୍ରେ ସେମାନେ ନାସା ପଥକୁ ଯାଇ କ୍ଷତ ଜନ୍ମାନ୍ତି । ଫଳରେ ପୀନସ ରୋଗର ସୂତ୍ରପାତ ହୁଏ । ତେଣୁ ଚମ୍ପା ଫୁଲକୁ ଶୁଙ୍ଘିବା ନିଷେଧ। ନାଗଚମ୍ପା ନାମରେ ଆଉ ଏକ ପ୍ରକାର ଚମ୍ପା ମଧ୍ୟ ରହିଛି ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କ ଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ଚିଲିକା ଓଡ଼ିଶାର ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମ ଜିଲ୍ଲାରେ ବ୍ୟାପିଥିବା ଏକ ଲବଣାକ୍ତ ହ୍ରଦ । ଏହା ଓଡ଼ିଶାର ସବୁଠୁ ବଡ଼ ହ୍ରଦ । ଅଂଶୁପା ଓ ସର ମଧୁରଜଳ ହ୍ରଦ ହୋଇଥିବା ବେଳେ ଚିଲିକା ହେଉଛି ଲବଣାକ୍ତ ଜଳ ( Brackish Water) ହ୍ରଦ। ଏଠାରେ ଥିବା ନଳବଣ ବିଦେଶୀ ପକ୍ଷୀମାନଙ୍କ ଶୀତକାଳୀନ ବାସସ୍ଥାନ । ଚିଲିକାରେ ଶୀତଦିନ ବିତାଇବା ପାଇଁ ଏମାନେ ହଜାର ହଜାର ମାଇଲ ଉଡ଼ି ସୁଦୂର ଉତ୍ତର ଗୋଲାର୍ଦ୍ଧ ଓ ସାଇବେରିଆ ଅଞ୍ଚଳରୁ ଆସନ୍ତି । ଏଠାରେ ଥିବା ପରିକୁଦ ଓ ମାଲୁଦ ଦ୍ଵୀପରେ ଥିବା ମନ୍ଦିର ପର୍ଯ୍ୟଟକମାନଙ୍କ ପାଇଁ ଅନ୍ୟତମ ଆକର୍ଷଣ । ପ୍ରକୃତିର ବିବିଧତା ଏଠାରେ ଫୁଟିକରି ଦେଖାଯାଏ । ବିଭିନ୍ନ ପ୍ରକାରର ପକ୍ଷୀ, ସାମୁଦ୍ରିକ ପ୍ରାଣୀ, ଉଦ୍ଭିଦମାନଙ୍କର ଏହା ଗନ୍ତାଘର ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆ ର ଜନ୍ମ ।
ଅପରେଙ୍ଗ ସିଷ୍ଟମ କମ୍ପ୍ୟୁଟରର ବିଭିନ୍ନ ରିସୋର୍ସ ଯେପରିକି ମେମୋରୀ, ସି.ପି.ଇଉ., ଅନ୍ୟାନ୍ୟ ହାର୍ଡୱେର ଇତ୍ୟାଦିଙ୍କୁ ସଠିକ ଭାବେ ପରିଚାଳନା କରି ଏକ କମ୍ପ୍ୟୁଟରକୁ ସମ୍ପୂର୍ଣଭାବେ କାର୍ଯ୍ୟକାରୀ କରିବାରେ ସାହାଯ୍ୟକରେ । ଏହା ବିଭିନ୍ନ ପ୍ରୋଗ୍ରାମ, ହାର୍ଡୱେର ମଧ୍ୟରେ ତାଳ ମେଳ ରକ୍ଷା କରି ସେମାନଙ୍କୁ ଆବଶ୍ୟକୀୟ ରିସୋର୍ସ ପ୍ରଦାନ କରେ, ଯାହାଦ୍ଵାରା କମ୍ପ୍ୟୁଟରଟି ସୁରୁଖୁରରେ କାର୍ଯ୍ୟ କରିପାରେ ।
ସାହିତ୍ୟ ଭାରତୀ କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକା ଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ) କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ଵରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ଯୋଗ (ଇଂରାଜୀ:Yoga ( /ˈjoʊɡə/; ସଂସ୍କୃତ: योग, Listen) ପ୍ରାଚୀନ ଭାରତ ରେ ପ୍ରାୟ ୬୦୦୦ ବର୍ଷ ପୂର୍ବେ ବିକଶିତ ହୋଇଥିବା ଶରୀର,ମନ ଓ ଆତ୍ମାକୁ ସଂଯମ କରିବାର ଏକ ଆଧ୍ୟାତ୍ମିକ ପଦ୍ଧତି । ଯୋଗର ଅନେକ ଅନେକ ଶାଖା ଓ ଅଭ୍ୟାସ ରହିଛି । ଏହାର ହିନ୍ଦୁଧର୍ମ, ବୌଦ୍ଧଧର୍ମ ଓ ଜୈନଧର୍ମ ରେ ବିଭିନ୍ନ ସାଧନା ମାର୍ଗ ରହିଛି । ଯୋଗର ବହୁ ଶାଖା ମଧ୍ୟରେ ରାଜଯୋଗ ଓ ହଠଯୋଗ ବିଶେଷ ପ୍ରସିଦ୍ଧ ।
ଗୁରୁବାର ହେଲା ସପ୍ତାହର ଏକ ଦିନ ଯାହା ବୁଧବାର ପରେ ଓ ଶୁକ୍ରବାର ପୂର୍ବରୁ ଆସେ । ଗୁରୁବାର ଦିନ ମା'ଲକ୍ଷ୍ମୀ ଓ ଭଗବାନ ବିଷ୍ଣୁଙ୍କୁ ପୂଜା କରାଯାଏ । ଗ୍ରହରାଜ ବୃହସ୍ପତି ହେଉଛନ୍ତି ଏହି ଦିବସର ଆରାଧ୍ୟ ଦେବତା । ଗ୍ରହ ଶାନ୍ତି ନିମନ୍ତେ ଚୈତ୍ର, ଭାଦ୍ରବ ଏବଂ କାର୍ତ୍ତିକ ମାସରେ ବ୍ରତ କରାଯାଏ । ଗୁରୁବାର ଦିନ ହଳଦିଆ ରଙ୍ଗର ବସ୍ତ୍ର ପିନ୍ଧି ସେହି ରଙ୍ଗର ସାମଗ୍ରୀ ଦାନ କରାଯାଏ ।
ଓଡ଼ିଶାରେ ମୁଖ୍ୟତଃ ଚାରିଗୋଟି ରଥଯାତ୍ରା ଅନୁଷ୍ଠିତ ହୁଏ । ବର୍ଷର ପ୍ରତି ତିନିମାସରେ ଥରେ ଗୋଟିଏ ରଥଯାତ୍ରା ହୁଏ । ଚୈତ୍ରମାସ ଶୁକ୍ଳ ଅଷ୍ଟମୀରେ ରୁକୁଣା ରଥଯାତ୍ରା, ଆଷାଢ ମାସ ଦ୍ଵିତୀୟାରେ ଗୁଣ୍ଡିଚା ରଥଯାତ୍ରା, ଆଶ୍ଵିନରେ ଦୁର୍ଗାଙ୍କ ଏବଂ ମାଘ ମାସ ପଞ୍ଚମୀରେ କୋଣାର୍କ ସୌର ରଥଯାତ୍ରା ପାଳନ ହେଉଥିବାର ପୁରାଣରେ ବର୍ଣ୍ଣନା ଅଛି । କିନ୍ତୁ ପ୍ରତି ତିନି ମାସ ବ୍ୟବଧାନରେ ଗୋଟିଏ ରଥଯାତ୍ରା ଅନୁଷ୍ଠିତ ହେଉଥିବାରୁ କୋଣାର୍କର ସୌର ରଥଯାତ୍ରା ମାଘ ମାସ ପରିବର୍ତ୍ତେ ପୌଷମାସରେ ଅନୁଷ୍ଠିତ ହୁଏ ।