ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ଵବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ଵତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି । ତାଙ୍କର ଲେଖା ଗଭୀର ସତକଥା, ନାନା ଅସୁବିଧା ଭିତରେ ଲୁଚି ରହିଥିବା ଘଟଣା, ଏକାସାଙ୍ଗରେ ବ୍ୟଙ୍ଗ ଓ ଗଭୀର ଦର୍ଶନରେ ଭରା ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ମା’ ଶାରଳାଙ୍କ ମନ୍ଦିର ଓଡ଼ିଶା ରାଜ୍ୟର ଜଗତସିଂହପୁର ଜିଲ୍ଲାରେ ଅବସ୍ଥିତ। ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଲିଖିତ ଜଗନ୍ନାଥ ମନ୍ଦିର ଓ ଜଗନ୍ନାଥ ବହିରେ ସପ୍ତମ ପରିଚ୍ଛେଦରେ ଲିଖିତ ଅଛି - ରତ୍ନଗିରି ଦକ୍ଷିଣକୁ ସିଧାସଳଖ ପ୍ରାୟ ୨୦ ମାଇଲ ଦୂରରେ ପ୍ରସିଦ୍ଧ ତିର୍ତ୍ତୋଳ ଭୂବନ୍ଦର । ଏହାକୁ ହୁଏନସାଂ ଚେଲିତାଲେ କହିଛନ୍ତି । ତିରିତୋଳର ବର୍ତ୍ତମାନ ନାମ ତିର୍ତ୍ତୋଲ । ଏହା ନିକଟରେ ଥିବା ଝଙ୍କଡ଼ଠାରେ ଦେବୀ ଶାରଳାଙ୍କ ପୀଠ। ସାରଳା ମହାଭାରତରେ ଏହି ଝଙ୍କଡ଼କୁ ଜଙ୍ଗେର ବା ଜଙ୍ଗେରପୁର କୁହାହୋଇଛି । ପୂର୍ବେ ପୂର୍ବଭାରତର ପ୍ରସିଦ୍ଧ ବନ୍ଦର ଚେଳିତାଳୋ ଥିବା ଯୋଗୁଁ ସେହି ଅଞ୍ଚଳରେ ଯକ୍ଷ ବା ଜଙ୍ଖମାନେ ରହିବା ସ୍ୱାଭାବିକ। ତେଣୁ ଜଙ୍ଖମାନେ ରହୁଥିବା ଅଞ୍ଚଳକୁ ଜଙ୍ଖେରପୁର କୁହାଯାଉଥିବା ସମ୍ଭବ। ସେତେବେଳେ ବୃଦ୍ଧା ଏବଂ ଚନ୍ଦ୍ରଭାଗା ଦୁଇଟି ନଦୀ ଶାରଳା ଠାକୁରାଣୀଙ୍କ ବିଜେସ୍ଥଳୀର ଉତ୍ତର ଦକ୍ଷିଣରେ ପ୍ରବାହିତ ହୋଇ ସମୁଦ୍ରରେ ମିଶିଥିଲେ । ବର୍ତ୍ତମାନ ସେହି ବୃଦ୍ଧନଦୀ ବୁଢ଼ାନଈ ନାମରେ ନାମିତ । ସାରଳା ଦାସ ବୃଦ୍ଧନଦୀକୁ ବୁଧମାତା ନାମେ ନଦୀ’ବର୍ଣ୍ଣନା କରିଛନ୍ତି । ସାରଳା ଦାସ ତାଙ୍କ ପୁରାଣରେ ଶାରୋଳ ଗ୍ରାମରେ ଶାରଳାପୀଠ ଅବସ୍ଥିତ ବୋଲି କହିଛନ୍ତି । ବର୍ତ୍ତମାନ ଝଙ୍କଡ଼ ପ୍ରଗଣାରେ ବଡ଼ ଶାରୋଳ ଓ ସାନ ଶାରୋଳ ନାମରେ ଦୁଇଟି ଗ୍ରାମ ଅଛି । ସେହି ଗ୍ରାମ ନିକଟରେ ପୂର୍ବେ ଶାରଳା ଠାକୁରାଣୀଙ୍କ ମନ୍ଦିର ଥିଲା ।
ଅମାୟରା ଦସ୍ତୁର (ଜନ୍ମ: ୭ ମଇ ୧୯୯୩) ଜଣେ ଭାରତୀୟ କଥାଚିତ୍ର ଅଭିନେତ୍ରୀ । ୨୦୧୩ରେ ସେ ପ୍ରତୈକ ବାବ୍ବରଙ୍କ ସହ ହିନ୍ଦୀ ଚଳଚ୍ଚିତ୍ର ଇସ୍କ ଜରିଆରେ ଅଭିନୟ ଜଗତରେ ପ୍ରବେଶ କରିଥିଲେ । ସେ ୧୬ ବର୍ଷ ବୟସରେ ମଡେଲିଂରେ ପ୍ରବେଶ କରିଥିଲେ ଏବଂ କ୍ଲିନ୍ ଆଣ୍ଡ କ୍ଲିଅର୍, ଡୋଭ୍, ଭୋଡ଼ାଫୋନ୍ ଏବଂ ମାଇକ୍ରୋମାକ୍ସ ଭଳି କିଛି ଜିନିଷର ବିଜ୍ଞାପନ କରିଥିଲେ । ସେ ୨୦୧୫ରେ ହିନ୍ଦୀ କଥାଚିତ୍ର ଅଭିନେତା ଇମ୍ରାନ ହାସିମ୍ଙ୍କ ସହ ମିଷ୍ଟର ଏକ୍ସରେ ଅଭିନୟ କରିଥିଲେ । ସେ ଅଭିନେତା ଧନୁଷଙ୍କ ସହ ତାମିଲ କଥାଚିତ୍ର ଆନୀଗନ୍ରେ ମଧ୍ୟ ଅଭିନୟ କରିତିଲେ । ଏହି ଚଳଚ୍ଚିତ୍ର ପାଇଁ ସେ ସାଇମା ପୁରସ୍କାର ମଧ୍ୟ ପାଇଥିଲେ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କ ଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ସାହିତ୍ୟ ଭାରତୀ କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକା ଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯)
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯) ୨୦୧୫ରେ ପ୍ରକାଶିତ ଏକ ଓଡ଼ିଆ ବହି । ଏଥିରେ ୧୯୩୬ରୁ ୧୯୬୯ ଭିତରେ ମୁକ୍ତିଲାଭ କରିଥିବା ଓଡ଼ିଆ ସିନେମା ସଂଗୀତ ସଂକଳିତ । ଏହା ସାମ୍ବାଦିକ ଓ ଓଡ଼ିଆ ଚଳଚ୍ଚିତ୍ର ସଂରକ୍ଷକ ସୂର୍ଯ୍ୟ ଦେଓଙ୍କ ଦ୍ୱାରା ସଂକଳିତ । ଏଥିରେ ଚଳଚ୍ଚିତ୍ର ସମ୍ପୂର୍ଣ୍ଣ ସଙ୍ଗୀତ ସହ ସେସବୁର ବିବରଣୀ, ସଂଗୀତକାର ଓ ଗୀତିକାରଙ୍କ ସମ୍ବନ୍ଧରେ ସଂକ୍ଷିପ୍ତ ପରିଚୟ ଏବଂ ଚଳଚ୍ଚିତ୍ର ସଙ୍ଗୀତର ପରଦା ପଛର କାହାଣୀ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱର ସ୍ଥିତ ସୃଜନ ଦ୍ୱାରା ୨୦୧୫ ମସିହାରେ ମେ ୨୩ ତାରିଖରେ ପ୍ରଥମେ ପ୍ରକାଶିତ ହୋଇଥିଲା । ଏଥିରେ ମନୋଜ ଦାସ, ମାୟାଧର ମାନସିଂହ, ଗୋଦାବରୀଶ ମହାପାତ୍ର, କୃଷ୍ଣପ୍ରସାଦ ବସୁ ଆଦି ଓଡ଼ିଆ ଲେଖକଙ୍କ ରଚନା ସ୍ଥାନୀତ ହୋଇଥିବା ଗୀତ ରହିଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କ ଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା, ଇଂରାଜୀ: Madhusudan Das) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଅଗଷ୍ଟା ଏଡା କିଙ୍ଗ, କାଉଣ୍ଟେସ୍ ଅଫ୍ ଲଭ୍ଲେସ୍ (୧୦ ଡିସେମ୍ବର ୧୮୧୫-୨୭ ନଭେମ୍ବର ୧୮୫୨, ଜନ୍ମନାମ - ଅଗଷ୍ଟା ଏଡା ବାଇରନ୍) ଜଣେ ବ୍ରିଟିଶ ଗଣିତଜ୍ଞ ଥିଲେ ଏବଂ ଏଡା ଲଭ୍ଲେସ୍ ନାମରେ ଜଣାଶୁଣା । ସେ ମୁଖ୍ୟତଃ ଭାବେ ଚାର୍ଲସ୍ ବ୍ୟାବେଜ୍ଙ୍କ ଦ୍ୱାରା ଆଦ୍ୟ ନିର୍ମିତ ଯାନ୍ତ୍ରିକ କମ୍ପ୍ୟୁଟର ଆନାଲିଟିକାଲ୍ ଇଞ୍ଜିନ ଉପରେ ଅନେକ କାର୍ଯ୍ୟ କରିଥିଲେ । ତାଙ୍କ ଦ୍ୱାରା ପ୍ରସ୍ତୁତ ନୋଟ୍ ବା ତମସୁକ ଗୁଡ଼ିକୁ କୌଣସି ଏକ ଯନ୍ତ୍ର ବା ମେସିନ ଉଦ୍ଦେଶ୍ୟରେ ଲିଖିତ ପ୍ରଥମ ଆଲ୍ଗୋରିଦମ୍ ବୋଲି ମାନ୍ୟତା ମିଳିଛି ଏବଂ ସେଥି ନିମନ୍ତେ ଏଡାଙ୍କୁ ପୃଥିବୀର ପ୍ରଥମ କମ୍ପ୍ୟୁଟର ପ୍ରୋଗ୍ରାମର କୁହାଯାଇଥାଏ ।
ପାଇଲୋକାର୍ପିନ (ଇଂରାଜୀ ଭାଷାରେ Pilocarpine) ଏକ ଔଷଧ ଯାହା ଚକ୍ଷୁର ଅଧିକ ଚାପ (pressure inside the eye) ଓ ଶୁଖିଲା ପାଟି (dry mouth) ଚିକିତ୍ସାରେ ବ୍ୟବହୃତ ହୁଏ । ଓକୁଲାର ହାଇପରଟେନସିନ (ocular hypertension), ଓପନ ଆଙ୍ଗଲ ଗ୍ଲକୋମା, (open angle glaucoma), ଆଙ୍ଗଲ କ୍ଲୋଜର ଗ୍ଲକୋମାରେ (angle closure glaucoma) ଅପରେଶନ ହେବା ପର୍ଯ୍ୟନ୍ତ ଆଖି ଡ୍ରପ ଭାବରେ ଓ ଆବଶ୍ୟକ ସ୍ଥଳେ ମାୟୋସିସ (constriction of the pupil) କରିବା ନିମନ୍ତେ ଏହା ଦିଆଯାଏ । ଏକ ଘଣ୍ଟାରେ ଏହାର ପ୍ରଭାବ ଆରମ୍ଭ ହୋଇ ଏକ ଦିନ ପର୍ଯ୍ୟନ୍ତ ରହେ । ଜୋଗ୍ରେନ ସିଣ୍ଡ୍ରୋମରେ (Sjogren's syndrome) ହେଉଥିବା ଶୁଖିଲା ପାଟି ନିମନ୍ତେ ଓ ରାଡିଏସନ ଥେରାପିରେ (radiation therapy) ଏହା ଦିଆଯାଏ ।
ଅମୃତ ଫଳ ମନୋଜ ଦାସଙ୍କ ଲିଖିତ ଏକ ଉପନ୍ୟାସ । ଏହାର କଥାବସ୍ତୁ ଏକ ଐତିହାସିକ କାହାଣୀ ଉପରେ ଆଧାରିତ । ୧୯୯୬ ମସିହା ଜାନୁଆରୀ ମାସରେ ଏହା ପ୍ରଥମ କରି ପ୍ରକାଶିତ ହୋଇଥିଲା । ବିଦ୍ୟାପୁରୀ, ବାଲୁବଜାର, କଟକର ପିତାମ୍ବର ମିଶ୍ର ଏହି ପୁସ୍ତକଟିର ପ୍ରକାଶକ ଅଟନ୍ତି । କଟକରେ ଥିବା ଆଲାମଚାନ୍ଦବଜାରର ବିଦ୍ୟାଶ୍ରୀ ଡିଟିପି ସେଣ୍ଟର ଦ୍ୱାରା ଏହାର ଲିପି ସଂଯୋଜନା କରାଯାଇଛି । ଭୁବନେଶ୍ୱରର ଚନ୍ଦକା ଇଣ୍ଡଷ୍ଟ୍ରିଆଲ୍ ଅଞ୍ଚଳରେ ଥିବା ବିଶ୍ୱନାଥ ଏଣ୍ଟରପ୍ରାଇଜେସ୍ ଦ୍ୱାରା ଏହି ପୁସ୍ତକଟିକୁ ମୁଦ୍ରଣ କରାଯାଇଛି । ଅଦ୍ୟାବଧି ଏହାର ୧୪ ଟି ମୁଦ୍ରଣ ପ୍ରକାଶ ପାଇସାରିଛି । ଚତୁର୍ଦ୍ଦଶ ପ୍ରକାଶନରେ ଏହାର ମୂଲ୍ୟ ୧୩୦ ଟଙ୍କା ରଖାଯାଇଛି । ୨୦୦୦ ମସିହାରେ ଏହି ଉପନ୍ୟାସଟି ପାଇଁ ମନୋଜ ଦାସଙ୍କୁ ସରସ୍ୱତୀ ସମ୍ମାନରେ ସମ୍ମାନିତ କରାଯାଇଛି ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
କେତେକ ରୋଗ, ବିକଳାଙ୍ଗତା ଓ ସ୍ଵାସ୍ଥ୍ୟ ସମସ୍ୟା ଯାହା ଧନୀ ଲୋକଙ୍କଠାରେ ନ ହୋଇ କେବଳ ଗରୀବ ଲୋକଙ୍କଠାରେ ଦେଖାଯାଏ ସେଗୁଡିକର ସମଷ୍ଟିକୁ ଦାରିଦ୍ର୍ୟ ରୋଗ କୁହାଯାଏ । ଅନେକ କ୍ଷେତ୍ରରେ ଦାରିଦ୍ର୍ୟକୁ ଅନେକ ରୋଗର ସଙ୍କଟଦାୟୀ ଅବସ୍ଥା ବୋଲି ଧରାଯାଏ, ଯାହା ଅର୍ଥନୈତିକ ବିକାଶ ତଥା ଦାରିଦ୍ର୍ୟ ଦୂରିକରଣର ପ୍ରଧାନ ବାଧା କାରକ ରୁପେ ବିବେଚନା କରଯାଏ । ଅପପୁଷ୍ଟିରେ ଦାରିଦ୍ର୍ୟ ସର୍ବବ୍ୟାପି ଥାଏ ।
ସୁନ୍ଦରଗଡ଼ (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'ସୁନ୍ଦରଗଡ଼' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଅନୁସୂଚିତ ଜନଜାତିର ପ୍ରାର୍ଥୀଙ୍କ ନିମନ୍ତେ ସଂରକ୍ଷିତ ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ଅଗ୍ନାଶୟ କର୍କଟ (ଇଂରାଜୀରେ Pancreatic cancer) ପାକସ୍ଥଳୀ ପୃଷ୍ଠଭାଗରେ ଥିବା ଏକ ଗ୍ରନ୍ଥିମୟ ଅଗ୍ନାଶୟର ଜୀବକୋଷମାନଙ୍କର ଅନିୟନ୍ତ୍ରିତ ଅଭିବୃଦ୍ଧି ହୋଇ ସୃଷ୍ଟି ହୁଏ । ଏହି କର୍କଟ ଜୀବକୋଷଗୁଡ଼ିକର ଅନ୍ୟ ଅଙ୍ଗକୁ ବ୍ୟାପିବାର କ୍ଷମତା ଥାଏ । ଏହ ଅନେକ ପ୍ରକାର ହୋଇ ବାହାରେ । ଅତି ସାଧାରଣଭାବେ ୮୫% ଆଡେନୋକାର୍ସିନୋମା ଦେଖାଯାଏ । ହଜମକାରୀ ଏନ୍ଜାଇମ ପ୍ରସ୍ତୁତକାରୀ ଅଂଶରୁ ଏହି ଆଡେନୋକାର୍ସିନୋମା ସୃଷ୍ଟି ହୁଏ । ସମୁଦାୟ ଅଗ୍ନାଶୟ କର୍କଟ ସଂଖ୍ୟାର ୧ ରୁ ୨ % ନିଉରୋଏଣ୍ଡୋକାର୍ସିନୋମା ଥାଏ ଯାହା ହରମୋନ ତିଆରି କରୁଥିବା ନିଉରୋଏଣ୍ଡୋକ୍ରାଇନ ଜୀବକୋଷରୁ ବାହାରେ । ଏହା ଅଳ୍ପ ଆକ୍ରମଣକାରୀ ଅଟେ । ଏହି ରୋଗରେ କାମଳ ବା ଜଣ୍ଡିସ(ହଳଦିଆ ଚମ), ପେଟ ଯନ୍ତ୍ରଣା, କଟି ଯନ୍ତ୍ରଣା ଓ ଅଣସ୍ପଷ୍ଟିକୃତ ଓଜନ ହ୍ରାସ, ଫିକା ଝାଡ଼ା, ଗାଢ଼ ପରିସ୍ରା ଓ କ୍ଷୁଧାହୀନତା ହୁଏ । ଆରମ୍ଭ ଅବସ୍ଥାରେ କୌଣସି ଲକ୍ଷଣ ନ ଥାଏ, ଏହି କର୍କଟ ଅତି ଆଗେଇ ନ ଯିବା ପର୍ଯ୍ୟନ୍ତ ଅଗ୍ନାଶୟ କର୍କଟ ବୋଲି ନିଧାର୍ଯ୍ୟ ଭାବେ କହିହେବନାହିଁ । ଏହାର ରୋଗ ନିର୍ଣ୍ଣୟ ହେବା ବେଳକୁ ଅନ୍ୟ ଅଙ୍ଗମାନଙ୍କୁ ବ୍ୟାପିଯାଇଥାଏ ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ପଣିକିଆ (ଅନ୍ୟନାମ: ପଣକିଆ) ଗଣିତ ଗୁଣନ ଓ ହିସାବ ମୁଖସ୍ଥ କରିବାର ଏକ ଓଡ଼ିଆ ଗାଣିତିକ ହିସାବ ପ୍ରଣାଳୀ ଯାହା ଓଡ଼ିଶାରେ ବିଦ୍ୟାଳୟମାନଙ୍କରେ ଶିଶୁମାନଙ୍କୁ ଶିଖାଯାଇଥାଏ । ଆଗ କାଳରେ ବ୍ୟବହୃତ ହେଉଥିବା ପଣ (ବା ଅଣା)କୁ ନେଇ କରାଯାଉଥିବା ହିସାବରୁ ଏହାର ଆରମ୍ଭ । ପଣିକିଆ ପ୍ରତି ସଂଖ୍ୟାର ଏକଗୁଣ ଠାରୁ ଦଶ ଗୁଣ ପର୍ଯ୍ୟନ୍ତ ଥାଏ । ପ୍ରତି ସଂଖ୍ୟା ବା ଖନ୍ଦାର ପଣିକିଆକୁ ଉକ୍ତ ସଂଖ୍ୟାରେ 'କ' ଲଗାଇ ଏକକ, ଦୁଇକ, ତିନିକ ଏହିପରି ପଚିଶିକ ପଣିକିଆ ପର୍ଯ୍ୟନ୍ତ ମୁଖସ୍ଥ କରିବାକୁ ପଡ଼େ । ଗୁଣନ ମନେରଖିବାରେ ଶିଶୁମାନଙ୍କୁ ପ୍ରାଥମିକ ସ୍ତରରେ ପଣକିଆ/ପଣିକିଆ ଶିଖାଯାଏ । ଯଥା- ଦୁଇକ, ପଣକିଆ- ଦୁଇ କୋ ଦୁଇ. ଦୂଇ ଦୂଣେ/ଦୂଗୁଣ ଚାରି, ଦୁଇ ତିରି ଛଅ...
ଓଡ଼ିଶା ପର୍ବପର୍ବାଣୀର ରାଜ୍ୟ । ଏଠି ବାରମାସରେ ତେରପର୍ବ ପାଳନ କରାଯାଏ । ପ୍ରତ୍ୟେକ ପର୍ବପର୍ବାଣୀର ଏକ ନିଜସ୍ୱ ସ୍ୱତନ୍ତ୍ରତା ରହିଛି । ଉତ୍କଳୀୟ ପର୍ବପର୍ବାଣୀ ସାଧାରଣତଃ ଧର୍ମ ଓ ପୌରାଣୀକ ଉପାଖ୍ୟାନର ଭିତ୍ତି ଉପରେ ପ୍ରତିଷ୍ଠିତ । ଓଡ଼ିଶା ମାଟିରେ ଅଗଣିତ ଦେବୀ ଦେବତାଙ୍କର ଉପାସନା ହୋଇଥାଏ । ପ୍ରତ୍ୟେକ ପଲ୍ଲୀଗ୍ରାମରେ ନିଜର ଗ୍ରାମଦେବତା ବା ଗ୍ରାମଦେବତୀ ରହିଥାନ୍ତି। ଆଉ ଏଇ ଗ୍ରାମଦେବତା ବା ଦେବତୀ ମାଟିର ମଣିଷ ପରି ସାଧାସିଧା, ସରଗର ପରୀ କି ଯକ୍ଷ କିନ୍ନରଙ୍କ ପରି ଅଦ୍ଭୁତ ଆକାର ବା ବେଶଭୂଷାଧାରୀ ହୋଇ ନ ଥାନ୍ତି । ଆଉ ସମସ୍ତଙ୍କର ଥାଏ ଏକ ନିଆରା କିମ୍ବଦନ୍ତୀ, ଏକ ଅଲଗା ଇତିହାସ, ଭିନ୍ନ ଏକ ପରମ୍ପରା, ଏକ ପରବ, ଏକ ମଉଛବ । ପର୍ବପର୍ବାଣୀ ଗୁଡ଼ିକରେ ଜନଜୀବନର ସଂସ୍କୃତି, ଜାତୀୟତା ବୋଧ ଓ ଧର୍ମଧାରଣା ଆଦି ସଂଶ୍ଳିଷ୍ଠ । ଉତ୍କଳୀୟ ପର୍ବପର୍ବାଣୀ ମହାଭାରତୀୟ ସ୍ରୋତରୁ ଭିନ୍ନ ନୁହେଁ ବିଶେଷତଃ ପର୍ବପର୍ବାଣୀ, ଓଷାବ୍ରତ ଓ ଯାନିଯାତ୍ରା ଗୁଡ଼ିକ ତିଥି, ବାର, ନକ୍ଷତ୍ର, କୃଷିକର୍ମ, ଦେବଦେବୀ, ଶାସ୍ତ୍ରୀୟ କାହାଣୀ, ଲୋକକଥା, ଆନନ୍ଦମହୋତ୍ସବ ପାଇଁ ପାଳିତ ହୋଇଥାଏ ଉତ୍କଳୀୟ ପର୍ବପର୍ବାଣୀ ଗୁଡ଼ିକୁ ଚାରୋଟି ମୁଖ୍ୟ ଭାଗରେ ବିଭକ୍ତ କରାଯାଇପରେ ଯଥା । ଶାସ୍ତ୍ରୀୟ, ଲୌକିକ, ଆଞ୍ଚଳିକ ଓ କୃଷି ଭିତ୍ତିକ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ସୁନାପିଲା- ଟିକେ ସ୍କୃ ଢିଲା, ୨୦୧୭ରେ ମୁକ୍ତିଲାଭ କରିବାକୁ ଥିବା ଗୋଟିଏ ଓଡ଼ିଆ କଥଚିତ୍ର । ଏହି ଚଳଚ୍ଚିତ୍ରଟି ନାୟକ ବାବୁଶାନ ମହାନ୍ତିଙ୍କର ପ୍ରଯୋଜନାରେ ନିର୍ମିତ ହୋଇଥିଲା । ବାବୁଶାନଙ୍କ ପ୍ରଯୋଜନାରେ ଏହା ଥିଲା ପ୍ରଥମ ଚଳଚ୍ଚିତ୍ର । ଏହି ଚଳଚ୍ଚିତ୍ରର ନିର୍ଦ୍ଦେଶନା ଦେଇଥିଲେ ସୁଧାକର ବସନ୍ତ । ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ଅଭିଜିତ ମଜୁମଦାର ବେଳେ ନିର୍ମଳ ନାୟକ ଗୀତ ରଚନା କରିଥିଲେ । ଚଳଚ୍ଚିତ୍ରଗୁଡ଼ିକର ସଂଳାପ ଲେଖିଥିଲେ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇର ସାରିକା । ସେ ଏହି ଚଳଚ୍ଚିତ୍ରରେ ପ୍ରଥମ କରି ସଂଳାପ ଲେଖିବା ଆରମ୍ଭ କରିଥିଲେ ।
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।
ଚିଲିକା ଓଡ଼ିଶାର ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମ ଜିଲ୍ଲାରେ ବ୍ୟାପିଥିବା ଏକ ଲବଣାକ୍ତ ହ୍ରଦ । ଏହା ଓଡ଼ିଶାର ସବୁଠୁ ବଡ଼ ହ୍ରଦ । ଅଂଶୁପା ଓ ସର ମଧୁରଜଳ ହ୍ରଦ ହୋଇଥିବା ବେଳେ ଚିଲିକା ହେଉଛି ଲବଣାକ୍ତ ଜଳ ( Brackish Water) ହ୍ରଦ। ଏଠାରେ ଥିବା ନଳବଣ ବିଦେଶୀ ପକ୍ଷୀମାନଙ୍କ ଶୀତକାଳୀନ ବାସସ୍ଥାନ । ଚିଲିକାରେ ଶୀତଦିନ ବିତାଇବା ପାଇଁ ଏମାନେ ହଜାର ହଜାର ମାଇଲ ଉଡ଼ି ସୁଦୂର ଉତ୍ତର ଗୋଲାର୍ଦ୍ଧ ଓ ସାଇବେରିଆ ଅଞ୍ଚଳରୁ ଆସନ୍ତି । ଏଠାରେ ଥିବା ପରିକୁଦ ଓ ମାଲୁଦ ଦ୍ଵୀପରେ ଥିବା ମନ୍ଦିର ପର୍ଯ୍ୟଟକମାନଙ୍କ ପାଇଁ ଅନ୍ୟତମ ଆକର୍ଷଣ । ପ୍ରକୃତିର ବିବିଧତା ଏଠାରେ ଫୁଟିକରି ଦେଖାଯାଏ । ବିଭିନ୍ନ ପ୍ରକାରର ପକ୍ଷୀ, ସାମୁଦ୍ରିକ ପ୍ରାଣୀ, ଉଦ୍ଭିଦମାନଙ୍କର ଏହା ଗନ୍ତାଘର ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨) ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଇଶ୍ଵର ଚାନ୍ଦ ପାଣ୍ଡେ (ଜନ୍ମ 15 ଅଗଷ୍ଟ , 1989 ) ଜଣେ ଭାରତୀୟ କ୍ରିକେଟ ଖେଳାଳି । ସେ ଘରେଇ କ୍ରିକେଟ ରେ ମଧ୍ୟ ପ୍ରଦେଶ ତରଫ ରୁ ଖେଳିବା ସହ ଆଇପିଏଲ ରେ ଚେନ୍ନଇ ସୁପର କିଂ ତରଫ ରୁ ଖେଳନ୍ତି । ସେ ଜଣେ ଡାହାଣ ହାତି ଦ୍ରୁତ ବୋଲର । ରଣଜୀ ଟ୍ରଫି 2012/13 ରେ ସେ ସର୍ବାଧିକ ୱିକେଟ ନେଇଥିଲେ । ସେ ଭାରତ A ଦଳ ପାଇଁ ଖେଳିବା ସହ 2014 ମସିହା ରେ ନିଉଜିଲାଣ୍ଡ ସହ ଖେଳିବାପାଇଁ ଘୋଷିତ ଟେଷ୍ଟ ଓ ଏକଦିବଶୀୟ ଦଳ ରେ ସ୍ଥାନ ପାଇଥିଲେ । ବର୍ତମାନ ସେ ପୁନେ ଦଳ ତରଫ ରୁ ଖେଳୁଛନ୍ତି
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳ ଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଗାର୍ଗୀ ମହାନ୍ତି ଜଣେ ଓଡ଼ିଆ ଚଳଚ୍ଚିତ୍ର ଏବଂ ଦୂରଦର୍ଶନ ଅଭିନେତ୍ରୀ । ଗାର୍ଗୀ ଜଣେ ଦକ୍ଷ ଏବଂ ପ୍ରଶିକ୍ଷିତ ଓଡ଼ିଶୀ ନର୍ତ୍ତକୀ । ସେ ଅଢ଼େଇ ବର୍ଷ ବୟସରୁ ଓଡ଼ିଶୀ ନୃତ୍ୟ ଶିକ୍ଷା କରିଥିଲେ । ସେ ପ୍ରଥମେ ଓଡ଼ିଆ ଆଲବମରୁ ତାଙ୍କର ଅଭିନୟ ଜୀବନ ଆରମ୍ଭ କରିଥିଲେ । ୨୦୦୫ରେ ସେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଗାର୍ଗୀଙ୍କର ପ୍ରଥମ ଚଳଚ୍ଚିତ୍ର ଥିଲା ହର ପଟ୍ଟନାୟକଙ୍କ ନିର୍ଦ୍ଦେଶିତ ଅର୍ଜୁନ । ସେ ଓଡ଼ିଆ ଦୂରଦର୍ଶନରେ ମଧ୍ୟ ନାୟିକା ଭାବରେ କାର୍ଯ୍ୟ କରିଥିଲେ । ପ୍ରଥମେ ସେ ଡିଡି ଓଡ଼ିଆ ର ଧାରାବାହିକ କହିଲେ ତୋ କୁଳ କୁଟୁମ୍ବକୁ ଲାଜରେ ଅଭିନୟ କରିଥିଲେ ।
ବିଶ୍ଵ ରେ ଯେତେ ବେଶି ବ୍ୟକ୍ତି ଅନ ଲାଇନ ରେ ଜ୍ଞାନକ୍ଷ ବିଷୟ ରେ ଜାଣୁଛନ୍ତି ଓ ବ୍ୟବହାର କରୁଛନ୍ତି ସେତେ ବେଶୀ ୱିକିପୀଡିଆ ର ସଂସ୍କୃତି କୁ ଆଧାରିତ କରାଯାଉଛି । ଅନେକେ ବୋକିପିଡିଆ ର ମୁକ୍ତ ଭାବରେ ସମ୍ପାଦନା କୁ ସମାଲୋଚନା କରିଥାନ୍ତି ସତ , କାରଣ କେତେକ ଅବାଞ୍ଛିତ ତତ୍ଵ ଏଥିରେ ବ୍ୟଭିଚାର ମୂଳକ ପରିବର୍ତନ କରିଥିବାର ଦେଖାଯାଇଛି । କେତେ ସ୍ଥଳ ରେ ବାହ୍ୟ ଆଧାର କୁ ମୂଳ ସ୍ରୋତ ହିସାବ ରେ ବ୍ୟବହାର କରାଯାଇଛି ଓ ବ୍ୟକ୍ତିଗତ ଜ୍ଞାନ କୁ ସତ୍ୟ ତଥ୍ୟ ହିସାବ ରେ କିଛି କ୍ଷେତୟା ରେ ଉପସ୍ଥାପନା କରାଯାଇଛି । ପୁଣି କେତେକ ସମୟ ରେ ୱିକିପୀଡିୟା କୁ ପ୍ରକୃତ ଜ୍ଞାନକୋଷ ହିସାବ ରେ ବ୍ୟବହାର ନ କରି ତାକୁ କାହାର ବ୍ୟକ୍ତିଗତ ବ୍ହରିତ୍ର ଚିତ୍ରଣ ତଥା ଖେଳ ହିସାବ ରେ ମଧ୍ୟ ବ୍ୟବହାର ହେବାର ନଜିର ରହିଛି । ଅନେକ ବ୍ୟକ୍ତି କ ପାଇଁ ୱିକିପୀଡିୟା ସଂସ୍କୃତିକ କ୍ଷେତ୍ର ରେ ଗୁରୁତ୍ବପୂର୍ଣ ହେଇଛି କେବଳ ଏଠି ଯୋଗୁଁ ଯେ ଏହାର ବ୍ୟବହାର ଅଭିଜାତ୍ୟ ର ପରିଚାୟକ ହେଇଯାଇଛି ।
୧୯୩୬ ଅପ୍ରେଲ ୧ ତାରିଖ ଦିନ ଏକ ରାଜ୍ୟ ଭାବେ ନବଗଠିତ ହେବା ସ୍ମୃତିରେ ଅପ୍ରେଲ ମାସ ୧ ତାରିଖ ଦିନ ଉତ୍କଳ ଦିବସ (ଓଡ଼ିଶା ଦିବସ) ପାଳନ କରାଯାଇଥାଏ । ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ । ୧୫୬୮ରେ ଶେଷ ହିନ୍ଦୁ ରାଜା ମୁକୁନ୍ଦ ଦେବଙ୍କ ଦେହାନ୍ତ ପରେ, ବ୍ରିଟିଶ ଶାସନରୁ ଅଲଗା ହୋଇ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତିଙ୍କ ଚେଷ୍ଟାରେ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ଆନ୍ଦୋଳନ ତେଜିଥିଲା । ପ୍ରଥମେ ଓଡ଼ିଶା ରାଜ୍ୟ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ଵର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ତିଆରି କରାଯାଇଥିଲା । ସାର ଅଷ୍ଟିନ ହବାକ ଓଡ଼ିଶାର ପହିଲା ରାଜ୍ୟପାଳ ଭାବରେ ଶପଥ ନେଇଥିଲେ । ୧୯୩୬ ମସିହା ଏପ୍ରିଲ ପହିଲା ଦିନ ଓଡ଼ିଶା କୁ ଏକ ସ୍ଵତନ୍ତ୍ର ରାଜ୍ୟର ମାନ୍ୟତା ମିଳିଲା। ୧୯୯୨ ମସିହାରେ ଓଡ଼ିଶାର ୧୩ଟି ଜିଲ୍ଲାକୁ ପୁନର୍ବିଭାଜନ କରି ୩୦ଟି ଜିଲ୍ଲାରେ ଭାଗ କରାଗଲା । ପ୍ରତି ବର୍ଷ ଏପ୍ରିଲ ପହିଲା ଦିନଟିକୁ ଓଡ଼ିଶା ଦିବସ ରୂପେ ପାଳନ କରା ଯାଇ ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର କର୍ଣ୍ଣଧାର ମାନଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ କରାଯାଏ। , ଏବେ ଓଡ଼ିଶାରେ ୩୦ଟି ଜିଲ୍ଲା ରହିଛି ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଇବୋଲା ଭୂତାଣୁ ରୋଗ (ଇଂରାଜୀ: Ebola virus disease ବା EVD କିମ୍ବା Ebola hemorrhagic fever ବା EHF) ମଣିଷ ଦେହରେ ହେଉଥିବା ଏକ ରୋଗ ଯାହା ଇବୋଲା ଭୂତାଣୁ ଦ୍ଵାରା ହୁଏ । ଭୂତାଣୁ ସଂସ୍ପର୍ଶରେ ଆସିବାର ୨ ଦିନଠାରୁ ୩ ସପ୍ତାହ ମଧ୍ୟରେ ଲକ୍ଷଣ ପ୍ରକାଶ ପାଏ । ଜ୍ଵର, ତଣ୍ଟି ଘାଆ, ମାଂସ ପେଶୀ ଯନ୍ତ୍ରଣା, ଓ ମୁଣ୍ଡ ବ୍ୟଥା ଏହାର ମୂଖ୍ୟ ଲକ୍ଷଣ । ଏହା ପରେ ପରେ ଓକାଳ, ବାନ୍ତି, ଡାଇରିଆ ବା ତରଳ ଝାଡା ହୁଏ ଓ ଏହା ସହ ଯକୃତ ଓ ବୃକକ ଦ୍ଵୟର କାର୍ଯ୍ୟ କ୍ଷମତା କମିଯାଏ । ଏହି ସମୟରେ ଦେହ ଭିତରେ ଓ ବାହାରେ ରକ୍ତ ସ୍ରାବ ମଧ୍ୟ ଆରମ୍ଭ ହୁଏ ।. ସଂକ୍ରମିତ ପଶୁମାନଙ୍କ (ମାଙ୍କଡ କିମ୍ବା ଫୃଟ ବ୍ୟାଟ/ fruit bat ) ରକ୍ତ ବା ଦେହର ତରଳ ପଦାର୍ଥର ସଂସ୍ପର୍ଶରେ ଆସିଲେ ଏହି ଜୀବାଣୁ ସୁସ୍ଥ ଲୋକ ଦେହକୁ ଯାଏ । ବାୟୁ ମାଧ୍ୟମକୁ କିନ୍ତୁ ଏହାର ବିସ୍ତାରର ପ୍ରମାଣ ମିଳି ନାହିଁ ।. । ଫୃଟ ବ୍ୟାଟଦ୍ଵାରା (fruit bat) ଏହି ଜୀବାଣୁ ବ୍ୟାପିଲେ ମଧ୍ୟ ତାହାକୁ ରୋଗ ହୁଏ ନାହିଁ । ସଂକ୍ରମିତ ମଣିଷଠାରୁ ଅନ୍ୟ ମଣିଷ ସଂକ୍ରମିତ ହୁଏ । ବୀର୍ଯ୍ୟ ମାଧ୍ୟମରେ ପୁରୁଷ ଦୁଇ ମାସ ପର୍ଯ୍ୟନ୍ତ ଏହି ରୋଗ ସଂକ୍ରମିତ କରି ପାରିବ । ଏହି ରୋଗ ନିର୍ଣ୍ଣୟ ନିମନ୍ତେ ପ୍ରଥମେ ମ୍ୟାଲେରିଆ, କଲେରା ଓ ଅନ୍ୟାନ୍ୟ ଭୂତାଣୁ ରକ୍ତସ୍ରାବୀ ରୋଗ ନ ଥିବା ସ୍ଥିର କରିବାକୁ ହୁଏ । ରୋଗ ନିର୍ଣ୍ଣୟ ନିମନ୍ତେ ଭୂତାଣୁ ଆଣ୍ଟିବଡି, ଭୂତାଣୁ ଆର.ଏନ.ଏ.
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ଚଉତିଶା ଏବଂ କୋଇଲି ପୁରାତନ ଓଡ଼ିଆ ସାହିତ୍ୟରେ ବ୍ୟବହାର ହେଉଥିବା ପଦାବଳି ଦେଖିବାକୁ ମିଳେ । ଚଉତିଶାରେ ‘କ'ରୁ ‘କ୍ଷ' ପର୍ଯନ୍ତ ୩୪ଟି ପଦରେ ରଚନା ଥିଲାବେଳେ କୋଇଲି ଗୁଡିକ ଏକ କୋଇଲିକୁ ସମ୍ବୋଧନ କରି ରଚନା କରାଯାଇଥାଏ । ପ୍ରାଚୀନତମ କେତୋଟି କବିତା ଉଭୟ କୋଇଲି ଏବଂ ଚଉତିଶାକୁ ନେଇ ରଚିତ । କବି ମାର୍କଣ୍ଡ ଦାସଙ୍କ କେଶବ କୋଇଲି ଏଶ୍ରେଣୀର ସର୍ବ ପ୍ରଥମ ରଚନା । କଂସର ନିମନ୍ତ୍ରଣରେ କୃଷ୍ଣ ଅକୃରଙ୍କ ସହ ମଥୁରା ଗଲାପରେ ଯଶୋଦାଙ୍କ ବିଳାପକୁ ନେଇ ଏହା ରଚିତ । ଏହି ପଦ୍ୟାବଳିରେ ଓଡ଼ିଆ ସମାଜରେ ଲୋକକଥନ ରେ ବ୍ୟବହାର ହେଉଥିଲା । ଆଦିମ କାଳରୁ ଇଂରାଜୀ ଶିକ୍ଷାର ପ୍ରଚଳନ ପର୍ଯ୍ୟନ୍ତ ପ୍ରତ୍ୟେକ ଚାଟଶାଳୀରେ ବର୍ଣ୍ଣମାଳା ଶିଖିବା ପରେ ପରେ ଏହାକୁ ପଢ଼ାଯାଉଥିଲା । କେଶବ କୋଇଲି ରଚିତ ହେବା ପରେ ପରେ ଅନେକ ଗୁଡିଏ କୋଇଲି-ଚଉତିଶା ଓଡ଼ିଆରେ ରଚିତ ହୋଇଛି । ସେଗୁଡିକ ମଧ୍ୟରେ ବଳରାମ ଦାସଙ୍କ କାନ୍ତ କୋଇଲି, ନାଥିଆ ଲୋକନାଥଙ୍କ ଜ୍ଞାନୋଦୟ କୋଇଲି ଆଦି ପ୍ରମୁଖ ।
ଉଇକିପିଡ଼ିଆ' (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା, ୱେବକୁ ନେଇ ତିଆରି ,ମିଳିତ ଲେଖାଲେଖି|ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର ଉଇକିପିଡ଼ିଆ ସଙ୍ଘ|କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦେଇ ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦେଇ ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ଵତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହା ଦ୍ଵାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ଵ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟ ର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି ।
ଆଟୋପିକ ଡର୍ମାଟାଇଟିସ (ଏଡି), ବା ଆଟୋପିକ ଏକଜିମା, ଏକ ପ୍ରକାର ଚର୍ମ ପ୍ରଦାହ ରୋଗ । ଏହି ରୋଗରେ ଚମ ଗଲୁ ହୁଏ, ଲାଲ ଦେଖାଯାଏ, ଫୁଲିଯାଏ ଓ ଚମ ଫାଟିଯାଏ । ପ୍ରଭାବିତ ସ୍ଥାନରୁ ପରିସ୍କାର ତରଳ ପଦାର୍ଥ ବାହାରେ ଓ ସମୟକ୍ରମେ ଏହି ଚର୍ମ ମୋଟା ହୋଇଯାଏ । ପିଲାଦିନେ ଏ ରୋଗ ଆରମ୍ଭ ହୁଏ ଓ ସମୟକ୍ରମେ ପରିବର୍ତ୍ତିତ ହୁଏ । ଏକ ବର୍ଷ ବୟସରୁ କମ ପିଲାଙ୍କର ଦେହର ବଡ଼ ଭାଗ ପ୍ରଭାବିତ ହୋଇପାରେ । ବୟସ ବଢ଼ିଲେ ଆଣ୍ଠୁ ପଛପଟ ଓ କହୁଣୀ ସାମନାପାଖରେ ରାସ ହୁଏ । ଯୁବକମାନଙ୍କର ହାତ ଓ ପାଦରେ ରୋଗ ହୁଏ । କୁଣ୍ଡେଇଲେ ଲକ୍ଷଣ ଖରାପ ଆଡ଼କୁ ଯାଏ ଓ ପରିଶେଷରେ ଚର୍ମ ସଂକ୍ରମଣ ହୁଏ । ଏହି ରୋଗୀମାନଙ୍କର ଆଲର୍ଜିକ ନାକ ପ୍ରଦାହ ବା ଆଜମା ହୋଇପାରେ ।