ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ଵବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ଵତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ସୁନାବେଶ (ବା ରାଜବେଶ ବା ବଡ଼ତଢାଉ ବେଶ) ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କର ଏକ ବିଶେଷ ବେଶ, ଯହିଁରେ ଦିଅଙ୍କୁ ସୁବର୍ଣ୍ଣ ଆଭୂଷଣରେ ସାଜ କରାଯାଏ । ପ୍ରତିବର୍ଷ ସୁନାବେଶ ପାଞ୍ଚଥର ଅନୁଷ୍ଠିତ ହୋଇଥାଏ । ଏହା ସାଧାରଣତଃ ପୌଷ ପୂର୍ଣ୍ଣିମା (ପୁଷ୍ୟାଭିଷେକ), ଫାଲଗୁନ ପୂର୍ଣ୍ଣିମା (ଦୋଳ ପୂର୍ଣ୍ଣିମା), ହରିଶୟନ ଏକାଦଶୀ (ବାହୁଡ଼ା ଏକାଦଶୀ), କାର୍ତ୍ତିକ ପୂର୍ଣ୍ଣିମା (ରାଜରାଜେଶ୍ଵର ବେଶ) ଓ ବିଜୟାଦଶମୀ (ଦଶହରା), ଦିନ ଅନୁଷ୍ଠିତ ହୋଇଥାଏ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କ ଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା, ଇଂରାଜୀ: Madhusudan Das) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କ ଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପ୍ରୁଷ୍ଠା, ଖେଳ ପ୍ରୁଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ପଇତା ହେଉଛି ଭାରତୀୟ ହିନ୍ଦୁ ସଂସ୍କୃତିରେ ଧାରଣ କରାଯାଉଥିବା ଏକ ପବିତ୍ର ସୂତ୍ର । ଏହାକୁ ସାଧାରଣତଃ ହିନ୍ଦୁ ବ୍ରାହ୍ମଣମାନେ ଧାରଣ କରିଥାନ୍ତି । ଏହି ପଇତା ବା ଯଜ୍ଞୋପବିତକୁ ଧାରଣ କରିବା ପାଇଁ ବ୍ରତୋପନୟନ ନାମକ ଏକ ସଂସ୍କାରର ଆୟୋଜନ କରାଯାଏ । ବ୍ରାହ୍ମଣଙ୍କ ଛଡ଼ା କ୍ଷତ୍ରିୟ ଓ ବୈଶ୍ୟମାନେ ମଧ୍ୟ ପଇତା ଧାରଣ କରିଥାନ୍ତି । ବ୍ରାହ୍ମଣମାନଙ୍କ ପଇତା ସୂତାରେ ତିଆରି ହୋଇଥିବା ବେଳେ, କ୍ଷତ୍ରିୟମାନଙ୍କ ପଇତା ଛଣରେ ଓ ବୈଶ୍ୟମାନଙ୍କ ପଇତା ପଶମରେ ତିଆରି ହୋଇଥାଏ ।
ଏସୀୟ ଆଥଲେଟିକ୍ସ ଚ୍ୟାମ୍ପିୟନସିପ ୨୦୧୭
୨୨ ତମ ଏସୀୟ ଆଥଲେଟିକ୍ସ ଚ୍ୟାମ୍ପିୟନସିପ ୨୦୧୭ ମସିହାରେ ଆୟୋଜିତ ହେବାକୁ ଯାଉଛି । ଏହା ୬ ଜୁଲାଇ ୨୦୧୭ ରୁ ୯ ଜୁଲାଇ ୨୦୧୭ ଯାଏଁ ଭୁବନେଶ୍ଵରର କଳିଙ୍ଗ ଷ୍ଟାଡିୟମ ଠାରେ ଅନୁଷ୍ଠିତ ହେବାକୁ ଯାଉଛି । ଏହି ପ୍ରତିଯୋଗିତାରେ ୪୫ ଟି ଦେଶର ୮୦୦ ଆଥେଲେଟିକ୍ସ ଭାଗନେବେ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଏସ୍ଟ୍ରାଡିଅଲ ସାଇପାୟୋନେଟ/ମେଡ୍ରୋକ୍ସିପ୍ରୋଜେସ୍ଟେରନ ଆସେଟେଟ
ଏସ୍ଟ୍ରାଡିଅଲ ସାଇପାୟୋନେଟ/ମେଡ୍ରୋକ୍ସିପ୍ରୋଜେସ୍ଟେରନ ଆସେଟେଟ (ଇଂରାଜୀ ଭାଷାରେ Estradiol cypionate/medroxyprogesterone acetate, ବିକ୍ରୟ ନାମ ଲୁନେଲେ) ଏକ ମିଶ୍ରିତ ଇଞ୍ଜେକସନ ଜନ୍ମ ନିରୋଧକ (combined injectable birth control) ଏଥିରେ ଏସ୍ଟ୍ରାଡିଅଲ ସାଇପାୟୋନେଟ (estradiol cypionate) ଯାହା ଏକ ଏସ୍ଟ୍ରୋଜେନ (estrogen) ଓ ମେଡ୍ରୋକ୍ସିପ୍ରୋଜେସ୍ଟେରନ ଆସେଟେଟ ଯାହା ଏକ ପ୍ରୋଜେସ୍ଟିନ (progestin) ମିଶ୍ରିତ ଭାବରେ ଥାଆନ୍ତି । ଏହା ସ୍ୱଳ୍ପକାଳ ବ୍ୟବହାର ନିମନ୍ତେ ମାସକୁ ଥରେ ମାଂସପେଶୀରେ ଇଞ୍ଜେକସନ (injection into a muscle) ଆକାରରେ ଦିଆଯାଏ ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କ ଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ମାନବ ଇମ୍ମ୍ୟୁନାଭାବ ଭୁତାଣୁ ସଂକ୍ରମଣ ଓ ଅର୍ଜିତ ଇମ୍ମ୍ୟୁନାଭାବ ସିଣ୍ଡ୍ରୋମ (HIV and AIDS) ଏକ ବିସ୍ତୃତ ଶ୍ରେଣୀର ଭୁତାଣୁ ଜନିତ ସଂକ୍ରମଣ ଯାହା ମାନବ ଇମ୍ମ୍ୟୁନାଭାବ ଭୁତାଣୁଦ୍ଵାରା ହୁଏ । ରୋଗ ଆରମ୍ଭ ସମୟରେ ଲକ୍ଷଣ ଜଣାଯାଇ ନ ପାରେ ବା ସାମାନ୍ୟ ଇନ୍ଫ୍ଲୁଏଞ୍ଜା ରୋଗ ଭଳି ଲକ୍ଷଣ ପ୍ରକାଶ ପାଏ । ଏହା ପଶ୍ଚାତ ବହୁତ ଦିନ ଧରି କୌଣସି ଲକ୍ଷଣ ଦେଖାଯାଏ ନାହିଁ । ସମୟକ୍ରମେ ଇମ୍ମ୍ୟୁନିଟି ବିଭାଗକୁ ଦୁର୍ବଳ କରିଦେବା ଫଳରେ ଯକ୍ଷ୍ମା ତଥା ଅନ୍ୟାନ୍ୟ ସଂକ୍ରମଣ ଓ ଅର୍ବୁଦ ଦେଖାଯାଏ ଯାହା ଇମ୍ମ୍ୟୁନିଟି ଥିବା ଲୋକଙ୍କଠାରେ ଦେଖାଯାଏ ନାହିଁ । ବିଳମ୍ବିତ ଲକ୍ଷଣ ବାହାରିଲେ ଏଡସ୍ କୁହାଯାଏ । ଏହି ସମୟରେ ଓଜନ ହ୍ରାସ ହୁଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ଭଗବାନ ବିଷ୍ଣୁଙ୍କର ଦଶାବତାର କଥା ଶୁଣିଲେ ଓ ଓଡ଼ିଶୀ ନାଚର ଦଶ ଅବତାର ଭଙ୍ଗୀ ଦେଖିଲେ ବୁଝାପଡ଼େ ମଣିଷ କିପରି ଏ ପୃଥିବୀକୁ ଆସିଲା । ବିବର୍ତ୍ତନବାଦୀମାନେ କହନ୍ତି, ପୃଥିବୀଟା ବହୁ ପୁରାକାଳରେ ଖାଲି ବାଷ୍ପମୟ ଥିଲା । କ୍ରମେ କ୍ରମେ ସେ ବାଷ୍ପରାଶି ଶୀତଳ ହୋଇଯାଇ ନାନାପ୍ରକାର ପଦାର୍ଥ ଓ ରାସାୟନିକ ଦ୍ରବ୍ୟରେ ପରିଣତ ହେଲା । ପାଣି ମଧ୍ୟ ତିଆରି ହେଲା । ସେ ପାଣିରେ ପ୍ରଥମେ ଛୋଟ ଛୋଟ ଜୀବ ଉତ୍ପନ୍ନ ହେଲେ । ସେ ଛୋଟ ଛୋଟ ଜୀବ ନାନା ଘାତ ପ୍ରତିଘାତ ମଧ୍ୟରେ ଯାଇ ଆସ୍ତେ ଆସ୍ତେ ଉନ୍ନତ ଧରଣର ହେଲେ । ପରେ ମାଛମାନଙ୍କର ଆବିର୍ଭାବ ହେଲା । ସେ ମାଛମାନେ କ୍ରମେ କ୍ରମେ ଜଳରୁ ସ୍ଥଳଭାଗକୁ ଆସିଲେ । ତା ପରେ ନାନା ପ୍ରକାର ସରୀସୃପ ବା ସାପ ଜାତୀୟ ଓ ବେଙ୍ଗ ଜାତୀୟ ଜୀବ ସୃଷ୍ଟି ହେଲେ । ସେଥିରୁ କ୍ରମେ କ୍ରମେ ନାନା ପ୍ରକାର ଡାଇନୋସର ଓ ଅନ୍ୟାନ୍ୟ ପ୍ରକାରର ଜୀବ ସୃଷ୍ଟି ହୋଇ ଶେଷରେ ମାଙ୍କଡମାନଙ୍କର ଆବିର୍ଭାବ ହେଲା । ଏସବୁ ହେବାକୁ କୋଟି କୋଟି ବର୍ଷ ଲାଗିଥିଲା ବୋଲି ବୈଜ୍ଞାନିକମାନେ କହନ୍ତି । ତା ପରେ ଆସିଲା ମଣିଷ ।
କାନ୍ଦଣା ଗୀତ ବା ବାହୁନା ଗୀତ ଓଡ଼ିଆ ବାହାଘରର ବିଭିନ୍ନ ସମୟରେ ଘରର ପ୍ରତ୍ୟେକ ସଦସ୍ୟଙ୍କୁ ଧରି କନିଆଁ ଦ୍ୱାରା ବୋଲାଯାଉଥିବା ରୋଦନ ସଙ୍ଗୀତ । ଏହି କାନ୍ଦଣା ଆଶୁକବିତା ଉପରେ ଆଧାରିତ । ଝିଅ ନିଜ ପରିବେଶରେ ଦେଖୁଥିବା ଘଟଣା ଓ ଶାଶୂଘର ସମ୍ବନ୍ଧରେ ଯାହା ଶୁଣିଥାଏ ତାହାକୁ ଆଧାର କରି ଗୀତ ବୋଲି ପ୍ରକାଶ କରିଥାଏ । ବାହାଘର ଆଅଗରୁ ଝିଅ ଶାଶୂଘର ବାବଦରେ କିଛି ଜାଣିନଥିବା ବେଳେ ଲାଜ ହେତୁ ସେ ନିଜର ସ୍ୱାମୀ ଓ ଶାଶୂଘର ପରିବାରର ଆଉ କାହା ବିଷୟରେ କିଛି ପଚାରିବାର ସୁଯୋଗ ପାଇନଥାଏ । ଅଜଣା ପରିବେଶରେ ନୂଆ ଲୋକଙ୍କ ସହିତ କିପରି ଚଳିବ ତାହା ଝିଅଟି କାନ୍ଦଣା ବୋଲି ଜଣାଇଥାଏ । ବାହୁନିବା ପ୍ରସଙ୍ଗରେ ଝିଅମାନେ ପୌରାଣିକ ଆଖ୍ୟାୟିକାମାନ ମଧ୍ୟ ବୋଲିଥାନ୍ତି । ପରିବାରର ବୟୋଜ୍ୟୋଷ୍ଠା ନାରୀମାନେ ଝିଅମାନଙ୍କୁ ଏହି ବାହୁନା ଶିଖାଇଥାନ୍ତି ।
କାଞ୍ଚି ଅଭିଯାନ, ଶ୍ରୀଜଗନ୍ନାଥଙ୍କ ଏକ ପୌରାଣିକ କାହାଣୀ । କିମ୍ବଦନ୍ତୀ, ପୁରାଣ ବର୍ଣ୍ଣିତ ତଥ୍ୟ ଓ ଇତିହାସକୁ ଅବଲୋକନ କଲେ ଯାହା ଜଣାପଡେ, ଅନେକ ବର୍ଷ ପୂର୍ବେ ଓଡ଼ିଶାକୁ ଶାସନ କରୁଥିବା ଗଙ୍ଗ ବଂଶୀୟ ରାଜାମାନଙ୍କ ମଧ୍ୟରେ ପୁରୁଷୋତ୍ତୋମ ଦେବ ଥିଲେ ଅନ୍ୟତମ । ସେ ଜଗନ୍ନାଥଙ୍କ ପରମ ଭକ୍ତ ଓ ସେବକ ଭାବେ ପରିଚିତ । ସେ ଜଗନ୍ନାଥଙ୍କୁ ଜଗତକର୍ତ୍ତା ଓ ନିଜକୁ ଜଣେ ସାଧରଣ ସେବକ ବୋଲି ଭାବୁଥିଲେ ଓ ଅନ୍ୟକୁ ପରିଚୟ ମଧ୍ୟ ଦେଉଥିଲେ । ଆଧୁନିକ ତମିଲନାଡୁ ପ୍ରଦେଶ ଅନ୍ତର୍ଗତ କାଞ୍ଚି ରାଜାଙ୍କ କନ୍ୟା ପଦ୍ମାବତୀଙ୍କୁ ବିବାହ କରିବା ନିମନ୍ତେ ରାଜା ପୁରୁଷୋତ୍ତମ ଦେବ ଓ କାଞ୍ଚି ରାଜାଙ୍କ ମଧ୍ୟରେ ଯାହା ସବୁ ଘଟଣା ଘଟିଥିଲା, ତାହକୁ ଅନେକ ପୌରାଣିକ ଓ ଇତିହାସ ପୃଷ୍ଠାରେ କାଞ୍ଚି ଅଭିଯାନ ନାମରେ ସବିଶେଷ ବ୍ୟାଖ୍ୟା କରାଯାଇଛି ।
କର୍କଟ ରୋଗ ଏକ ପ୍ରକାର ଦୃତ ବୃଦ୍ଧି ସମ୍ପନ୍ନ ଅର୍ବୁଦ (ଇଂରାଜୀରେ Malignant tumour) ରୋଗ ଯେଉଁଥିରେ କୋଷମାନଙ୍କର ଅସ୍ଵଭାବିକ ଭାବରେ ଦୃତ ଗତିରେ ବୃଦ୍ଧି ପାଇଥାଏ ଏବଂ କେତେକ କ୍ଷେତ୍ରରେ ଶରୀରର ରୋଗଗ୍ରସ୍ତ ସ୍ଥାନରୁ ପାର୍ଶ୍ଵବର୍ତ୍ତୀ ସ୍ଥାନ ବା ଦୂରବର୍ତ୍ତୀ ସ୍ଥାନକୁ ରୋଗଗ୍ରସ୍ତ କୋଷଗୁଡ଼ିକ ସ୍ଥାନାନ୍ତରିତ ହେବାର ସମ୍ଭାବନା ଥାଏ । ସମସ୍ତ ଅର୍ବୁଦ କର୍କଟ ନୁହେଁ; ମୃଦୁ ଅର୍ବୁଦ (Benign tumour) ରୋଗ ଅଛି ଯାହା ଅନ୍ୟ ସ୍ଥାନକୁ ମାଡ଼ିଯାଏ ନାହିଁ । ପ୍ରଥମରୁ କୌଣସି ଆବୁ ଅନିୟନ୍ତ୍ରିତ ଭାବେ ବୃଦ୍ଧି ହୋଇନଥାଏ କିମ୍ବା ଅନ୍ୟ ପାଖାପାଖି କୋଷମାନଙ୍କୁ ଆକ୍ରାନ୍ତ କରିନଥାଏ । ସମ୍ଭାବ୍ୟ ଲକ୍ଷଣ ଓ ଚିହ୍ନ ମଧ୍ୟରେ ନୂଆ ଆବୁ (Lump), ଅସାଧାରଣ ରକ୍ତସ୍ରାବ, ଲମ୍ବା ସମୟ ଧରି କାଶ, ଅକାରଣ ଓଜନ ହ୍ରାସ ଓ ଖାଦ୍ୟନଳୀ ଚଳନର ପରିବର୍ତ୍ତନ ଦେଖାଯାଏ । ଏହି ସମସ୍ତ ଲକ୍ଷଣ କର୍କଟରେ ଥିଲେ ମଧ୍ୟ ଅନ୍ୟ କାରଣ ଯୋଗୁ ଦେଖାଯାଇପାରେ । ୧୦୦ ରୁ ଅଧିକ ପ୍ରକାରର କର୍କଟ ମନୁଷ୍ୟକୁ ଆକ୍ରମଣ କରିପାଏ । କର୍କଟ ରୋଗ ଅନିୟନ୍ତ୍ରିତ ଭାବେ କୋଷ ବୃଦ୍ଧି କରିଥାଏ ଏବଂ ଶରୀରରେ କ୍ଷତିକାରକ ଆବୁ ସୃଷ୍ଟି (ଇଂରାଜୀରେ: Tumor) କରିଥାଏ ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨) ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଅଭୟ ଚରଣାରବିନ୍ଦ ଭକ୍ତିବେଦାନ୍ତ ସ୍ଵାମୀ ପ୍ରଭୁପାଦ
ଅଭୟ ଚରଣାରବିନ୍ଦ ଭକ୍ତିବେଦାନ୍ତ ସ୍ଵାମୀ ପ୍ରଭୁପାଦ (୦୧ ସେପ୍ଟେମ୍ବର ୧୮୯୬ – ୧୪ ନଭେମ୍ବର ୧୯୭୭) ଜଣେ ଗୌଡ଼ୀୟ ବୈଷ୍ଣବ ଧର୍ମଗୁରୁ, ଭକ୍ତିଯୋଗର ଜଣେ ପ୍ରମୁଖ ପ୍ରଚାରକ ତଥା ଇସ୍କନର ପ୍ରତିଷ୍ଠାତା । ତାଙ୍କ ଗୁରୁ ଭକ୍ତିସିଦ୍ଧାନ୍ତ ସରସ୍ଵତୀଙ୍କ ନିର୍ଦ୍ଦେଶ କ୍ରମେ ସାରା ବିଶ୍ଵରେ ଗୌଡ଼ୀୟ ବୈଷ୍ଣବ ମତବାଦର ପ୍ରଚାର ଓ ପ୍ରସାର ନିମନ୍ତେ ସେ ଆଗେଇ ଆସିଥିଲେ । ଇସ୍କନର ପ୍ରକାଶିତ ସମ୍ବାଦ ଅନୁସାରେ, ଏହି କ୍ରମରେ ୧୯୬୫ ପରଠାରୁ ଫେବୃଆରୀ ୨୦୧୪ ସୁଦ୍ଧା ପ୍ରଭୁପାଦଙ୍କ ଲିଖିତ ବହିର ରେକର୍ଡ ସଂଖ୍ୟକ ଅର୍ଥାତ ୫୦ କୋଟିରୁ ଅଧିକ କପି ବିତରଣ ହୋଇସାରିଛି ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ା ଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲା ଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ମଧୁମେହ (ଇଂରାଜୀରେ Diabetes mellitus, ସଂକ୍ଷେପରେ DM, ଡାଏବେଟିସ ନାମରେ ପରିଚିତ) ରୋଗ ମେଟାବୋଲିକ ରୋଗମାନଙ୍କ ଏକ ଦଳକୁ ନିର୍ଦ୍ଦେଶ କରାଏ ଯେଉଁଥିରେ ରକ୍ତଶର୍କରା ସ୍ତର ଉଚ୍ଚ ଥାଏ ଅନେକ ଦିନ ପର୍ଯ୍ୟନ୍ତ । ଉଚ୍ଚ ସ୍ତରର ରକ୍ତଶର୍କରା ଥିବାର ଲକ୍ଷଣମାନ: ପଲିୟୁରିଆ ବା ଘନ ଘନ ପରିସ୍ରା ହୁଏ, ପଲିଡିପ୍ସିଆ ବା ଅଧିକ ଶୋଷ ହୁଏ ଓ ପଲିଫେଜିଆ ବା ଅଧିକ ଭୋକ ହୁଏ । ଚିକିତ୍ସିତ ନ ହେଲେ ଏହି ରୋଗର ଅନେକ ଜଟିଳତା ସୃଷ୍ଟି ହୁଏ । ସେଗୁଡ଼ିକ ନାମ - ଡାଏବେଟିକ କିଟୋଏସିଡୋସିସ ଓ ନନ୍କିଟୋଟିକ ହାଇପରଅସମୋଲାର କୋମା ବା ସାଧାରଣରେ ପରିଚିତ କୋମା । ସାଂଘାତିକ ଦୀର୍ଘକାଳୀନ ଜଟିଳତା ଗୁଡ଼ିକର ନାମ - ହୃତ୍ପିଣ୍ଡରକ୍ତନଳୀ ରୋଗ, ସ୍ଟ୍ରୋକ୍, ବୃକ୍କ ଫେଲ୍, ପାଦ ଘାଆ ଓ ଡାଏବେଟିସ ଜନିତ ରେଟିନୋପାଥି
ଆଷାଢ଼ ଶୁକ୍ଳପକ୍ଷ ତ୍ରୟୋଦଶୀ ତିଥିରେ ଅଧରପଣା ଭୋଗ କରାଯାଇଥାଏ । ମଧ୍ୟାହ୍ନ ଧୂପ ଶେଷ ହେବାପରେ ଓ ସନ୍ଧ୍ୟା ଆଳତି ପୂର୍ବରୁ ଏହି ନୀତି ଅନୁଷ୍ଠିତ ହୋଇଥାଏ । ଶ୍ରୀବିଗ୍ରହମାନଙ୍କର ଶ୍ରୀଅଧର ଉଚ୍ଚତା ବିଶିଷ୍ଟ ଲାଉତୁମ୍ବ ଭଳି ସ୍ଵତନ୍ତ୍ର ଶୈଳୀରେ ନିର୍ମିତ ମାଟିହାଣ୍ଡିରେ ପଣା ସବୁକୁ ରଥ ଉପରେ ରଖାଯାଇଥାଏ । ପ୍ରତି ରଥରେ ୩ହାଣ୍ଡି ହିସାବରେ ମୋଟ ୯ହାଣ୍ଡି ଅଧର ପଣା ଭୋଗ କରାଯାଇଥାଏ । ଏହି ୯ହାଣ୍ଡି ପଣାକୁ ପୂଜାପଣ୍ଡା ସେବକମାନେ ପଞ୍ଚୋପଚାର ପଦ୍ଧତିରେ ଶ୍ରୀବିଗ୍ରହମାନଙ୍କୁ ଅର୍ପଣ କରାଯାଇଥାଏ । ଭୋଗ ହେବା ପରେ ପଣା ଥିବା ହାଣ୍ଡିଗୁଡ଼ିକୁ ରଥ ଉପରେ ଭାଙ୍ଗି ଦିଆଯାଏ । ରଥଗୁଡ଼ିକରେ ଥିବା ପାର୍ଶ୍ଵଦେବଦେବୀ, ଚଣ୍ଡିଚାମୁଣ୍ଡା ତଥା ଅଶରୀରୀମାନଙ୍କ ଉଦ୍ଧାର ନିମନ୍ତେ ପଣା ହାଣ୍ଡି ସବୁକୁ ଭୋଗ ହେବା ପରେ ଭାଙ୍ଗି ଦିଆଯିବା ର ବିଧି ରହିଆସିଛି ।
ଯୋଗ (ଇଂରାଜୀ:Yoga ( /ˈjoʊɡə/; ସଂସ୍କୃତ: योग, Listen) ପ୍ରାଚୀନ ଭାରତ ରେ ପ୍ରାୟ ୬୦୦୦ ବର୍ଷ ପୂର୍ବେ ବିକଶିତ ହୋଇଥିବା ଶରୀର,ମନ ଓ ଆତ୍ମାକୁ ସଂଯମ କରିବାର ଏକ ଆଧ୍ୟାତ୍ମିକ ପଦ୍ଧତି । ଯୋଗର ଅନେକ ଅନେକ ଶାଖା ଓ ଅଭ୍ୟାସ ରହିଛି । ଏହାର ହିନ୍ଦୁଧର୍ମ, ବୌଦ୍ଧଧର୍ମ ଓ ଜୈନଧର୍ମ ରେ ବିଭିନ୍ନ ସାଧନା ମାର୍ଗ ରହିଛି । ଯୋଗର ବହୁ ଶାଖା ମଧ୍ୟରେ ରାଜଯୋଗ ଓ ହଠଯୋଗ ବିଶେଷ ପ୍ରସିଦ୍ଧ ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆ ର ଜନ୍ମ ।
ସାହିତ୍ୟରେ ଆଦର୍ଶବାଦ ପ୍ରଚାର କରିବା ଥିଲା ଜାତୀୟ କବି ସାରଳା ଦାସଙ୍କ ଅନ୍ୟତମ ଲକ୍ଷ୍ୟ । ସାମାଜିକ ଆଦର୍ଶବୋଧର ପ୍ରତିଷ୍ଠା ପାଇଁ ସେ ଆପଣାର ବିଶାଳ ଗ୍ରନ୍ଥ ମହାଭାରତର କଥନକ ମଧ୍ୟରେ ଯେଉଁଠେ ଅବକାଶ ପାଇଛନ୍ତି ଏହି ଆଦର୍ଶବୋଧକୁ ବିଭିନ୍ନ ଚରିତ୍ରରାଜିର ମୁଖରେ ପ୍ରଦାନ କରିଯାଇଛନ୍ତି । ସାରଳା ଦାସଙ୍କ ଉଲ୍ଲଖିତ ଆଦର୍ଶ ଥିଲା ସମସାମୟିକ ଉତ୍କଳର ସାମାଜିକ ଆଦର୍ଶ । ଏସବୁ ମୂଳରେ କବିଙ୍କ ଉଦ୍ଦେଶ୍ୟ ଥିଲା ସାଧାରଣ ଲୋକର ଚରିତ୍ର ଗଠନ ଏବଂ ନୈତିକ ଚେତନାର ଜାଗରଣ । କବିଙ୍କ ବିରଚିତ ମହାଭାରତ ତତ୍କାଳୀନ ଉତ୍କଳରେ ପ୍ରଚଳିତ ରାଶି ରାଶି ପ୍ରବାଦ ରୂପକ ସୁରଭିତ ସୁମନର ଏକ ନନ୍ଦନକାନନ । ବସ୍ତୁତଃ ବିଚାର କଲେ ଏସବୁ ପ୍ରବାଦ ଗୁଡିକ ମଧ୍ୟରୁ କେତେକ କବି କଳ୍ପନା ସମ୍ଭୂତ ଆଉ କେତେକ ତତ୍କାଳୀନ ଉତ୍କଳୀୟ ଲୋକ ମୁଖରେ ପ୍ରଚଳିତ କଥା । ଏସବୁ କବିଙ୍କ ପାଣ୍ଡିତ୍ୟ, ବହୁ ଶାସ୍ତ୍ର ଦର୍ଶିତା ତଥା ଦୂର ଦୃଷ୍ଟିର ସୁସମନ୍ଵୟରେ କବି ଲେଖନୀରେ ତାହା ମନୋଜ୍ଞ ଭାବେ ପ୍ରକାଶ ପାଇଛି । କବି ସ୍ଵକୀୟ ଅନୁଭୁତି ସଂଜାତ ବିଚାରବୋଧରୁ ଯେଉଁ ମହନୀୟ ଆଦର୍ଶବଳୀର ପ୍ରଚାର କରିଯାଇଛନ୍ତି ତାହାହିଁ ତାଙ୍କର ଆଦର୍ଶଗତ ଐକାନ୍ତିକତାର ଯଥାର୍ଥ ପରିଚାୟକ । କବିଙ୍କ ଏହି ଆଦର୍ଶବୋଧ କେତେବେଳେ ପ୍ରଚାର ଧର୍ମତାକୁ ଆଶ୍ରୟ କରିଛି ତ କେତେବେଳେ ବିଭିନ୍ନ ଲୋକ କଥା ଦେଇ ଆତ୍ମ ପ୍ରକାଶ କରିଛି । ନୀତି ବାଣୀ ବା ନୀତି ଉପଦେଶ ସୁସ୍ଥ ସୁନ୍ଦର ଜୀବନଚର୍ଯ୍ୟାର ମହାର୍ଘ ଉପାଦାନ ହେଲେ ସୁଦ୍ଧା ସାହିତ୍ୟିକ ରସାବେଦନ ଦୃଷ୍ଟିରୁ ତାହା ନିରସ ଓ ଶୁଷ୍କ ପ୍ରତୀୟମାନ ହୋଇଥାଏ । ଏଣୁ ଏହି ରସ ଶୂନ୍ୟ ଉପଦେଶାବଳୀକୁ ସରସ ଓ ସ୍ଵାଦିଷ୍ଟ କରିବା ଲକ୍ଷ୍ୟରେ କବି ଲୋକ ପ୍ରଚଳିତ ପ୍ରବାଦ ଗୁଡିକୁ ମାଧ୍ୟମ ରୂପେ ଗ୍ରହଣ କରିଛନ୍ତି । ସ୍ଵକୀୟ ପୁରାଣ ଗର୍ଭିତ ବିଭିନ୍ନ ଉପାଖ୍ୟାନ ତଥା ଚରିତ୍ରାବଳୀର କର୍ମ କୁଶଳତାକୁ ଜନଚିତ୍ତଗ୍ରାହୀ ପ୍ରବାଦ ମାଧ୍ୟମରେ ପ୍ରକାଶ ପୂର୍ବକ ସୁପରିକଳ୍ପିତ ଆଦର୍ଶବୋଧକୁ ପ୍ରଚାର କରିଯାଇଛନ୍ତି ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳ ଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଚନ୍ଦ୍ରପକ୍ଷର ଏକାଦଶ ଦିବସ - ଚନ୍ଦ୍ରର ଏକାଦଶ କଳାର ହ୍ରାସ ବା ବୃଦ୍ଧିଜନିତ ତିଥି । କୃଷ୍ଣପକ୍ଷର ଏକାଦଶୀକୁ କୃଷ୍ଣା ଏକାଦଶୀ ଓ ଶୁକ୍ଳପକ୍ଷର ଏକାଦଶୀକୁ ଶୁକ୍ଳା ଏକାଦଶୀ କୁହାଯାଇଥାଏ । ଏକାଦଶୀ ତିଥିରେ କେତେକ ବିଶେଷ ନକ୍ଷତ୍ରର ସଂଯୋଗ ଘଟିଲେ ତାହାକୁ ଜୟା-ବିଜୟା-ଜୟନ୍ତୀ ଓ ପାପନାଶିନୀ କହାଯାଏ । ତେବେ ୨୪ ଏକାଦଶୀର ନାମ ରହିଛି । ସେଗୁଡିକ ହେଲା ଉତ୍ପନ୍ନା, ମୋକ୍ଷଦା, ସଫଳା, ପୁତ୍ରଦା, ଷଟ୍ତିଳା, ଜୟା (ଭୌମୀ), ବିଜୟା, ଆମଳକୀ(ଅଅଁଳା) , ପାପମୋଚନୀ, କାମଦା, ବରୁଥିନୀ, ମୋହିନୀ, ଅପରା, ନିର୍ଜଳା ଅଥବା ଭୀମସେନୀ, ଯୋଗିନୀ, ହରିଶୟନୀ (ପଦ୍ମା), କାମିକା (କାମଦା), ପୁତ୍ରଦା, ଅଜା, ପଦ୍ମା (ପୁତ୍ରଦା), ଇନ୍ଦିରା, ପାପଙ୍କୁଶା, ରମ୍ଭା ଓ ପ୍ରବୋଧିନୀ ।
ମ୍ୟାଲେରିଆ ରୋଗ ହୁଏ ଏକ ପ୍ରୋଟୋଜୋଆନ ପ୍ଲାଜମୋଡିଅମ ଟାଇପର ଏକ-କୋଷି ଅଣୁବୀକ୍ଷଣିକ ପରଜୀବୀଦ୍ୱାରା (protozoans, a type of single cell microorganism) ଯାହା ମଶା ବାହିତ ହୁଏ ଓ ମାନବ ତଥା ଅନ୍ୟାନ୍ୟ ପଶୁମାନଙ୍କୁ ଆକ୍ରମଣ କରେ । ଏହି ରୋଗରେ ସ୍ୱାଭାବିକ ଭାବେ ଜ୍ୱର, ଶରୀର ବେଆରାମ ଓ ଥକ୍କା ଲାଗେ, ବାନ୍ତି ଓ ମୁଣ୍ଡ ବଥା ହୁଏ । ରୋଗ ଗମ୍ଭୀର ହେଲେ କାମଳ ବା ଜଣ୍ଡିସ ହୁଏ, ବାତ ମାରେ ଓ କୋମା ହୋଇ ମୃତ୍ୟୁ ହୁଏ । ମଶା କାମଡ଼ିବାର ୧୦ ରୁ ୧୫ ଦିନ ପରେ ମ୍ୟାଲେରିଆ ଆରମ୍ଭ ହୁଏ । ଉପଯୁକ୍ତ ଚିକିତ୍ସା ନ ହେଲେ ମାସାଧିକ କାଳ ପରେ ଏହି ରୋଗ ଲେଉଟେ । ଯେଉଁ ରୋଗୀ ଅଳ୍ପ ଦିନ ହେଲା ଭଲ ହୋଇଛି ତାକୁ ପୁନଃସଂକ୍ରମଣ ହେଲେ ଲକ୍ଷଣ ସ୍ୱଳ୍ପ ମାତ୍ରାରେ ଦେଖାଯାଏ । ପୁନଶ୍ଚ ସଂକ୍ରମିତ ନ ହେଲେ ଏହି ଆଂଶିକ ପ୍ରତିରୋଧ ଶକ୍ତି କିଛି ମାସ ବା ବର୍ଷ ପରେ କମିଯାଏ । ସାଧାରଣତଃ ଏହି ରୋଗ ସଂକ୍ରମିତ ମାଈ ଆନୋଫିଲିସ୍ ମଶା କାମୁଡ଼ିଲେ ତାହାର ଲାଳରେ ଥିବା ପରଜୀବୀ ଶୁଣ୍ଢ ମାଧ୍ୟମରେ ମଣିଷର ରକ୍ତରେ ପ୍ରବେଶ କରେ । ଏହି ପରଜୀବୀ ରକ୍ତରେ ପ୍ରବାହିତ ହୋଇ ଯକୃତରେ ପ୍ରବେଶ କରେ ଓ ସେଠାରେ ବଡ଼ ହୋଇ ପ୍ରଜନନ କରେ । ଅଧିକାଂଶ ମୃତ୍ୟୁ ପ୍ଲାଜ୍ମୋଡ଼ିଅମ୍ ଫାଲସିପ୍ୟାରମ ଯୋଗୁ ହୁଏ ଓ ପ୍ଲାଜ୍ମୋଡ଼ିଅମ୍ ଭାଇଭାକ୍ସ, ପ୍ଲାଜ୍ମୋଡ଼ିଅମ୍ ଓଭେଲ ଇତ୍ୟାଦି ପରଜୀବୀମାନଙ୍କଦ୍ୱରା ସାମାନ୍ୟ ଲକ୍ଷଣ ପ୍ରକାଶ ପାଏ । ମଣିଷ ଦେହରେ ପ୍ଲାଜ୍ମୋଡ଼ିଅମ୍ ନଲେସି (P. knowlesi) କ୍ୱଚିତ୍ ରୋଗ କରେ । ରୋଗୀର ରକ୍ତ ଫିଲ୍ମକୁ ଅଣୁବୀକ୍ଷଣ ଯନ୍ତ୍ରରେ ପରୀକ୍ଷା କରି ପରଜୀବୀ ମିଳିଲେ, କିମ୍ବା ମ୍ୟାଲେରିଆ ଆଣ୍ଟିଜେନ ଡିଟେକ୍ସନ୍ ଟେଷ୍ଟ (rapid diagnostic tests) କରି ଯୁକ୍ତାତ୍ମକ ଫଳ ମିଳିଲେ ରୋଗ ନିର୍ଣ୍ଣୟ କରାଯାଏ । ମ୍ୟାଲେରିଆ ପ୍ରବଣ ଇଲାକାରେ ପଲିମରେଜ ଚେନ ରିଆକ୍ସନ ପରୀକ୍ଷାଦ୍ୱାରା ମଶାର ଡି.ଏନ.ଏ ଚିହ୍ନଟ କରି ରୋଗ ନିର୍ଣ୍ଣୟ କରିବା ଜଟୀଳତା ଓ ବହୁଳ ବ୍ୟୟସାପେକ୍ଷ ଯୋଗୁ ସମ୍ଭବ ହେଉନି । ମ୍ୟାଲେରିଆ ସଙ୍କଟ ଚାରି ଉପାୟରେ ରୋକି ହୁଏ: ମଶାରୀ ବ୍ୟବହାର କରି ମଶା କାମୁଡ଼ାରୁ ରକ୍ଷା ପାଇବା, ମଶାଦୂରକାରୀ ଔଷଧ ବ୍ୟବହାର କରିବା, ମଶାମାରୀ ଔଷଧ ସିଞ୍ଚି ତାଙ୍କୁ ମାରିବା ଓ ସ୍ଥିର ଜଳାଶୟକୁ ନିଷ୍କାସନ କରିବା । ମ୍ୟାଲେରିଆ ପ୍ରବଣ ଇଲାକାକୁ ଯାଉଥିବା ଲୋକଙ୍କୁ ଏହି ରୋଗରୁ ରକ୍ଷା କରିବା ନିମନ୍ତେ କେତେକ ମ୍ୟାଲେରିଆ ପ୍ରତିଷେଧକ ଔଷଧ ଦିଆଯାଏ । ଅତ୍ୟଧିକ ମ୍ୟାଲେରିଆ ହେଉଥିବା ଇଲାକାରେ ପ୍ରଥମ ତିନିମାସ ପରର ଗର୍ଭବତୀ ମହିଳା ଓ ଶିଶୁମାନଙ୍କୁ ସଲ୍ଫାଡକ୍ସିନ/ପାଇରିମେଥାମିନ ବଟିକା ଦିଆଯାଏ । ଆବଶ୍ୟକ ହେଉଥିବା ଟିକା ବାହାରି ନାହିଁ, ଚେଷ୍ଟା ଚାଲିଛି । କେତେକ ମ୍ୟାଲେରିଆ ଦୂରକାରୀ ଔଷଧ ସହ ଆର୍ଟେମିସିନିନ ଦେବାକୁ ସୁପାରିସ କରାଯାଏ । ଦ୍ୱିତୀୟ ଧାଡ଼ିରେ ମେଫ୍ଲୋକ୍ୱିନ, ଲୁମେଫାଣ୍ଟ୍ରିନ କିମ୍ବା ସଲ୍ଫାଡକ୍ସିନ/ପାଇରିମେଥାମିନ ଦିଆଯାଏ । ଆର୍ଟେମିସିନିନ ନ ମିଳିଲେ କୁଇନାଇନ୍ ଓ ଡକ୍ସିସାଇକ୍ଲିନ ବ୍ୟବହାର କରାଯାଇ ପାରେ । ଔଷଧ ପ୍ରତିରୋଧ ସମସ୍ୟା ଯୋଗୁ ଚିକିତ୍ସା ଆରମ୍ଭ କରିବା ପୂର୍ବରୁ ମ୍ୟାଲେରିଆ ନିଶ୍ଚିତତା ପରୀକ୍ଷା କରିବା ଆବଶ୍ୟକ । ଅନେକ ଔଷଧର ପ୍ରତିରୋଧ ବାହାରିଲାଣି ଯଥା କ୍ଲୋରୋକ୍ୱିନ ପ୍ରତିରୋଧକାରୀ ଫ୍ୟାଲ୍ସିପ୍ୟାରମ ଓ ଦକ୍ଷିଣପୂର୍ବ ଏସିଆରେ ଆର୍ଟେମିସିନିନ ପ୍ରତିରୋଧ ଏକ ସମସ୍ୟା ସୃଷ୍ଟି କଲାଣି । ପ୍ଲାଜମୋଡିୟମର ପାଞ୍ଚଟି ପ୍ରଜାତି ମନୁଷ୍ୟମାନଙ୍କୁ ଆକ୍ରମଣ କରିପାରେ ତଥା ସଂକ୍ରାମକ ହୋଇଥାଏ । ଅତ୍ୟଧିକ ମାତ୍ରାରେ ମ୍ୟାଲେରିଆ କରାଉଥିବା ଜୀବାଣୁଟି ହେଲା ପି. ଫାଲସିପାରମ; କିନ୍ତୁ ପି. ଭିଭାକ୍ସ, ପି.
ମିଳିମିଳା (ଇଂରାଜୀରେ ମିଜିଲ୍ସ ବା ରୁବିଓଲା ବା ରେଡ ମିଜିଲ୍ସ ଯଥାକ୍ରମେ Measles, morbilli, rubeola, or red measles), ଏକ ଅତୀବ ସଂକ୍ରାମକ ରୋଗ ଯାହା ମିଳିମିଳା ଭୁତାଣୁଦ୍ୱାରା ହୁଏ । ପ୍ରାରମ୍ଭିକ ଚିହ୍ନ ଓ ଲକ୍ଷଣ ମଧ୍ୟରେ ଜ୍ୱର (ଅଧିକାଂଶ ସମୟରେ ୪୦୦ସେ.ରୁ ଅଧିକ), କାଶ, ନାକରୁ ପାଣି ବୋହିବା ଓ ଆଖି ଲାଲ ଦେଖାଯାଏ । ଏହି ଲକ୍ଷଣ ସମୂହ ଆରମ୍ଭ ହେବାର ୨ ଦିନ ପରେ ପାଟିର ଭିତର ପାଖରେ ଧଳା ଦାଗ ଦେଖାଯାଏ ଯାହାକୁ କପଲିକ ଦାଗ/Koplik's spots କୁହାଯାଏ । ସାଧାରଣତଃ ଗୋଟିଏ ଚେପଟା ଲାଲ ଦାଗ (ରାସ) ମୁହଁରେ ଆରମ୍ଭ ହୁଏ ଓ ୩ ରୁ ୫ ଦିନ ମଧ୍ୟରେ ସାରା ଦେହକୁ ମାଡ଼ିଯାଏ । ଗୋଟିଏ ରୋଗୀ ସଂସ୍ପର୍ଶରେ ଆସିବାର ୧୦ ରୁ ୧୨ ଦିନ ପରେ ଲକ୍ଷଣ ଦେଖାଯାଏ ଓ ୭ ରୁ ୧୦ ପର୍ଯ୍ୟନ୍ତ ରହେ । ପ୍ରାୟ ୩୦ % କେଶ ଜଟିଳ ହୁଏ ଓ ତରଳ ଝାଡ଼ା, ଅନ୍ଧତ୍ୱ, ମସ୍ତିଷ୍କ ପ୍ରଦାହ ଓ ନିମୋନିଆ ଆଦି ହୁଏ । ରୁବେଲା ବା ଜର୍ମାନ ମିଳିମିଳା (German measles) ଓ ରୋଜିଓଲା (Roseola) ଦୁଇଟି ଭିନ୍ନ ରୋଗ ।
ଆଜ୍ମା ଗୋଟିଏ ଅତି ସାଧାରଣ ଦୀର୍ଘସ୍ଥାୟୀ ରୋଗ ଯେଉଁଥିରେ ଶ୍ୱାସନଳୀର ପ୍ରଦାହ ହୁଏ ।. ଏହାକୁ ଭୁଲରେ ଅନେକ ଆସ୍ଥମା ବୋଲି କହନ୍ତି କିନ୍ତୁ ଏହାର ପ୍ରକୃତ ଉଚ୍ଚାରଣ ଆଜ୍ମା (Azma) । ଏହା ଏକ ଗ୍ରୀକ ଭାଷାର ଶବ୍ଦ ଯାହାର ଅର୍ଥ ପାଣ୍ଟିଙ୍ଗ (Panting) ବା ପରିଶ୍ରମ ପରେ ହେଉଥିବା ଛୋଟ ଛୋଟ ଦୃତ ଶ୍ଵାସ କ୍ରିୟା । ଓଡ଼ିଆ ଭାଷାରେ ଏହି ରୋଗକୁ 'ଶ୍ଵାସ' ଓ 'ଦମା' ନାମ ମଧ୍ୟ ଦିଆଯାଇଛି । ଏହି ରୋଗରେ ଶ୍ଵାସ ନଳୀ ପ୍ରଦାହ ହୋଇ ପୁନଃପୌନିକ ଲକ୍ଷଣ ପ୍ରକାଶ ହୁଏ, ଶ୍ଵାସ ନଳୀର ଅସ୍ଥାୟୀ ସଙ୍କୋଚନ ହେତୁ ବାୟୁ ପ୍ରବାହ ବାଧା ପ୍ରାପ୍ତ ହୁଏ । ଏହାର ବିଭିନ୍ନ ଲକ୍ଷଣ ଗୁଡ଼ିକ: ଶ୍ଵାସ କ୍ରିୟା ବେଳେ ହୁଇଜ୍(ହୁଇସିଲ୍ ଶବ୍ଦ) ଶବ୍ଦ ଶୁଣାଯିବା, କାଶ, ଛାତି ଚିପିହେବା ଭଳି ଲାଗିବା ଓ ଛୋଟ ଶ୍ୱାସକ୍ରିୟା, ଛୋଟ ପ୍ରଶ୍ଵାସ ସହ ଦୀର୍ଘ ନିଶ୍ଵାସ ଛାଡ଼ିବା । ଏହି ଲକ୍ଷଣଗୁଡ଼ିକ ଦିନରେ ବା ସପ୍ତାହରେ କିଛି ଥାର ଦେଖାଯାଏ ।. ରାତିରେ ଓ ବ୍ୟାୟାମ କଲାବେଳେ ଏହି ରୋଗ ଅଧିକ ହୋଇପାରେ । ଜେନେଟିକ୍ ଓ ପରିବେଶ ଦ୍ଵୟର ମିଶ୍ରିତ ପ୍ରଭାବ ଯୋଗୁ ଆଜ୍ମା ହେବା ବିଶ୍ୱାସ କରାଯାଉଛି । ବାୟୁମଣ୍ଡଳୀୟ କାରକ ମଧ୍ୟରେ ବାୟୁ ପ୍ରଦୂଷଣ ଓ ଆଲର୍ଜେନର ଭୂମିକା ଅଛି ।.
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |