ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣାଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URIଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URLଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ସ୍ଵାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ଵ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ଵଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ଵଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ଵନାଥ ଦତ୍ତ ଓ ଭୁବନେଶ୍ଵରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ଵାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ଗେରୁଆ ପୋଷାକ ଧାରଣ କରିଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ଵରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ସେ ଜଗତସିଂହପୁର ଜିଲ୍ଲାର ବାଲିକୁଦାଠାରେ ୨୧ ଜାନୁଆରୀ ୧୯୪୩ ମସିହାରେ ଜନ୍ମ ଗ୍ରହଣ କରିଥିଲେ । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଦେଶର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ଵୀକୃତି ଲାଭ କରିଥିଲା । ଶ୍ରୀମତୀ ରାୟ ତାଙ୍କର ଯାଜ୍ଞସେନୀ (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ । ପରବର୍ତ୍ତୀ ସମୟରେ ଏହା ସାତଟି ଭାଷାରେ ଅନୁବାଦିତ ହୋଇଥିଲା ।
ଚଣ୍ଡୀଖୋଲ , ଭାରତୀୟ ରାଜ୍ୟ ଓଡ଼ିଶାର ଯାଜପୁର ଜିଲ୍ଲାରେ ଅବସ୍ଥିତ । ସ୍ଵର୍ଗତ ସାଧୁ ବାବା ଭୈରବାନନ୍ଦ ବ୍ରହ୍ମଚାରୀ ଏହି ସ୍ଥଳରେ ଦେବୀ ଚଣ୍ଡୀଙ୍କ ଉପାସନା କରୁଥିଲେ । ତାଙ୍କଦ୍ଵାରା ମା ଚଣ୍ଡୀଙ୍କ ମୂର୍ତ୍ତି ସ୍ଥାପିତ ହେଇଥିଲା । ଏହା ବରୁନେଇ ପର୍ବତର ଘଞ୍ଚ ଅରଣ୍ୟରେ 1932 ମସିହାରେ ସ୍ଥାପିତ ହେଇଥିଲା । ଏହି ଅଞ୍ଚଳ ବର୍ତ୍ତମାନ ଏକ ଶିଳ୍ପୋନ୍ନତ ସ୍ଥାନରେ ପରିଣତ ହେଇଛି ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ବରାହମିହିର (ସନ ୫୦୫- ସନ ୫୮୭) ହେଉଛନ୍ତି ଜଣେ ମହାନ୍ ଭାରତୀୟ ଗଣିତଜ୍ଞ, ଜ୍ୟୋତିର୍ବିଦ ଓ ଖଗୋଳ ବିଜ୍ଞାନୀ। ସେ କେବଳ ବରାହ ବା ମିହିର ଭାବେ ମଧ୍ୟ ପରିଚିତ। ତାଙ୍କର ଜନ୍ମ ଉଜ୍ଜୟିନୀରେ ହୋଇଥିଲା ।ପିତା ଆଦିତ୍ୟଦାସଙ୍କ ଠାରୁ ପାରମ୍ପାରିକ ଗଣିତ ଏବଂ ଜ୍ୟୋତିଷ ଶାସ୍ତ୍ର ଅଧ୍ୟୟନ କରି ସେଥିରେ ଅନେକ ସଂସ୍କାର ଆଣିଥିଲେ। ଗୁପ୍ତ ସାମ୍ରାଜ୍ୟର ବିକ୍ରମାଦିତ୍ୟ(ଚନ୍ଦ୍ରଗୁପ୍ତ-୨ୟ)ଙ୍କ ରାଜସଭାରେ ସେ ନବରତ୍ନଙ୍କ ମଧ୍ୟରେ ସ୍ଥାନ ପାଇଥିଲେ।
ଉଇକିପିଡ଼ିଆ' (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା ୱେବକୁ ନେଇ ତିଆରି ମିଳିତ ବହୁଭାଷୀ ଜ୍ଞାନକୋଷ । ଏହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ପରିଚାଳିତ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର ଉଇକିଆଳିଙ୍କଦ୍ୱାରା ସମ୍ପାଦିତ । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦେଇ ବଦଳାଯାଇପାରିବ । ଉଇକିପିଡ଼ିଆ ୨୦୦୧ ମସିହାରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦେଇ ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ । ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r
ଗୋଟିଏ ସ୍ଵାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ଵାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ଵ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ମକର ସଂକ୍ରାନ୍ତି ଏକ ସର୍ବ ଭାରତୀୟ ପର୍ବ । ଏହି ପର୍ବକୁ ସମସ୍ତେ ଉତ୍ସାହର ସହିତ ପାଳନ କରନ୍ତି । ଭାରତ ବାହାରେ ରୋମାନ ଓ ଇହୁଦୀମାନେ ମଧ୍ୟ ଏହିପର୍ବ ପାଳନ କରନ୍ତି । ଭାରତର ବିଭିନ୍ନ ଅଞ୍ଚଳ ଅପେକ୍ଷା ଦକ୍ଷିଣ ଭାରତରେ ଏହା ସବୁଠାରୁ ବଡ଼ ପର୍ବ । ଦକ୍ଷିଣରେ ଏହାକୁ ପୋଙ୍ଗଲ ବୋଲି କହନ୍ତି । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ମକର ରାଶିରେ ପ୍ରବେଶ କରିଥାନ୍ତି । ମକର ସଂକ୍ରାନ୍ତିକୁ ମାଘ ମାସର ପ୍ରଥମ ଦିନ ହିସାବରେ ଗ୍ରହଣ କରାଯାଏ । ସଂକ୍ରାନ୍ତି ହେଉଛି ସୂର୍ଯ୍ୟଙ୍କର ସଂକ୍ରମଣ ବା ଗୋଟିଏ ରାଶିରୁ ଅନ୍ୟ ରାଶିକୁ ଚଳନ କରିବାର ଦିନ । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ଧନୁ ରାଶିରୁ ମକର ରାଶିକୁ କ୍ରମଶଃ ଗମନ କରନ୍ତି । ଏହି ଦିନଠାରୁ ସୂର୍ଯଙ୍କର ଉତ୍ତରାୟଣ ଗତି ଆରମ୍ଭ ହୋଇଥାଏ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଓଡ଼ିଶା ପର୍ବପର୍ବାଣୀର ରାଜ୍ୟ । ଏଠି ବାରମାସରେ ତେରପର୍ବ ପାଳନ କରାଯାଏ । ପ୍ରତ୍ୟେକ ପର୍ବପର୍ବାଣୀର ଏକ ନିଜସ୍ୱ ସ୍ୱତନ୍ତ୍ରତା ରହିଛି । ଉତ୍କଳୀୟ ପର୍ବପର୍ବାଣୀ ସାଧାରଣତଃ ଧର୍ମ ଓ ପୌରାଣୀକ ଉପାଖ୍ୟାନର ଭିତ୍ତି ଉପରେ ପ୍ରତିଷ୍ଠିତ । ଓଡ଼ିଶା ମାଟିରେ ଅଗଣିତ ଦେବୀ ଦେବତାଙ୍କର ଉପାସନା ହୋଇଥାଏ । ପ୍ରତ୍ୟେକ ପଲ୍ଲୀଗ୍ରାମରେ ନିଜର ଗ୍ରାମଦେବତା ବା ଗ୍ରାମଦେବତୀ ରହିଥାନ୍ତି। ଆଉ ଏଇ ଗ୍ରାମଦେବତା ବା ଦେବତୀ ମାଟିର ମଣିଷ ପରି ସାଧାସିଧା, ସରଗର ପରୀ କି ଯକ୍ଷ କିନ୍ନରଙ୍କ ପରି ଅଦ୍ଭୁତ ଆକାର ବା ବେଶଭୂଷାଧାରୀ ହୋଇ ନ ଥାନ୍ତି । ଆଉ ସମସ୍ତଙ୍କର ଥାଏ ଏକ ନିଆରା କିମ୍ବଦନ୍ତୀ, ଏକ ଅଲଗା ଇତିହାସ, ଭିନ୍ନ ଏକ ପରମ୍ପରା, ଏକ ପରବ, ଏକ ମଉଛବ । ପର୍ବପର୍ବାଣୀ ଗୁଡ଼ିକରେ ଜନଜୀବନର ସଂସ୍କୃତି, ଜାତୀୟତା ବୋଧ ଓ ଧର୍ମଧାରଣା ଆଦି ସଂଶ୍ଳିଷ୍ଠ । ଉତ୍କଳୀୟ ପର୍ବପର୍ବାଣୀ ମହାଭାରତୀୟ ସ୍ରୋତରୁ ଭିନ୍ନ ନୁହେଁ ବିଶେଷତଃ ପର୍ବପର୍ବାଣୀ, ଓଷାବ୍ରତ ଓ ଯାନିଯାତ୍ରା ଗୁଡ଼ିକ ତିଥି, ବାର, ନକ୍ଷତ୍ର, କୃଷିକର୍ମ, ଦେବଦେବୀ, ଶାସ୍ତ୍ରୀୟ କାହାଣୀ, ଲୋକକଥା, ଆନନ୍ଦମହୋତ୍ସବ ପାଇଁ ପାଳିତ ହୋଇଥାଏ ଉତ୍କଳୀୟ ପର୍ବପର୍ବାଣୀ ଗୁଡ଼ିକୁ ଚାରୋଟି ମୁଖ୍ୟ ଭାଗରେ ବିଭକ୍ତ କରାଯାଇପରେ ଯଥା । ଶାସ୍ତ୍ରୀୟ, ଲୌକିକ, ଆଞ୍ଚଳିକ ଓ କୃଷି ଭିତ୍ତିକ ।
ମିଳିମିଳା (ଇଂରାଜୀରେ ମିଜିଲ୍ସ ବା ରୁବିଓଲା ବା ରେଡ ମିଜିଲ୍ସ ଯଥାକ୍ରମେ Measles, morbilli, rubeola, or red measles), ଏକ ଅତୀବ ସଂକ୍ରାମକ ରୋଗ ଯାହା ମିଳିମିଳା ଭୁତାଣୁଦ୍ୱାରା ହୁଏ । ପ୍ରାରମ୍ଭିକ ଚିହ୍ନ ଓ ଲକ୍ଷଣ ମଧ୍ୟରେ ଜ୍ୱର (ଅଧିକାଂଶ ସମୟରେ ୪୦୦ସେ.ରୁ ଅଧିକ), କାଶ, ନାକରୁ ପାଣି ବୋହିବା ଓ ଆଖି ଲାଲ ଦେଖାଯାଏ । ଏହି ଲକ୍ଷଣ ସମୂହ ଆରମ୍ଭ ହେବାର ୨ ଦିନ ପରେ ପାଟିର ଭିତର ପାଖରେ ଧଳା ଦାଗ ଦେଖାଯାଏ ଯାହାକୁ କପଲିକ ଦାଗ/Koplik's spots କୁହାଯାଏ । ସାଧାରଣତଃ ଗୋଟିଏ ଚେପଟା ଲାଲ ଦାଗ (ରାସ) ମୁହଁରେ ଆରମ୍ଭ ହୁଏ ଓ ୩ରୁ ୫ ଦିନ ମଧ୍ୟରେ ସାରା ଦେହକୁ ମାଡ଼ିଯାଏ । ଗୋଟିଏ ରୋଗୀ ସଂସ୍ପର୍ଶରେ ଆସିବାର ୧୦ରୁ ୧୨ ଦିନ ପରେ ଲକ୍ଷଣ ଦେଖାଯାଏ ଓ ୭ରୁ ୧୦ ପର୍ଯ୍ୟନ୍ତ ରହେ । ପ୍ରାୟ ୩୦ % କେଶ ଜଟିଳ ହୁଏ ଓ ତରଳ ଝାଡ଼ା, ଅନ୍ଧତ୍ୱ, ମସ୍ତିଷ୍କ ପ୍ରଦାହ ଓ ନିମୋନିଆ ଆଦି ହୁଏ । ରୁବେଲା ବା ଜର୍ମାନ ମିଳିମିଳା (German measles) ଓ ରୋଜିଓଲା (Roseola) ଦୁଇଟି ଭିନ୍ନ ରୋଗ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ପାଇରିମେଥାମିନ (ଇଂରାଜୀରେ Pyrimethamine), ଏକ ବିକ୍ରୟ ନାମ ଡାରାପ୍ରିମ (Daraprim), ଏକ ଔଷଧ ଯାହା ଟକ୍ସୋପ୍ଲାଜମୋସିସ (toxoplasmosis) ଓ ସିସ୍ଟୋଆଇସୋସ୍ପୋରିଆସିସ (cystoisosporiasis) ରୋଗମାନଙ୍କରେ ଲିଉକୋଭୋରିନ (leucovorin) ସହ ଦିଆଯାଏ । ଦ୍ୱତୀୟ ଧାଡ଼ିର ପ୍ରତିଷେଧ ରୂପେ ନିମୋସିସ୍ଟାଇଟିସ ଜିରୋଭେସି ନିମୋନିଆ (Pneumocystis jiroveci pneumonia ବା PCP) ରୋଗ ଭୋଗୁଥିବା ଏଚଆଇଭି/ଏଡସ ରୋଗଗ୍ରସ୍ତ ଲୋକଙ୍କୁ ଡାପସୋନ (dapsone) ଔଷଧ ସହିତ ଏହା ଦିଆଯାଏ । ଅତୀତରେ ଏହା ମ୍ୟାଲେରିଆ ରୋଗୀଙ୍କୁ ଦିଆଯାଉଥିଲା, କିନ୍ତୁ ଏହାର ପ୍ରତିରୋଧ ଯୋଗୁ ଅଧୁନା ଏହା ଦିଆଯାଉନାହିଁ । ପାଇରିମେଥାମିନ ପାଟିରେ ଦିଆଯାଏ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ଵବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ଵତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି । ତାଙ୍କର ଲେଖା ଗଭୀର ସତକଥା, ନାନା ଅସୁବିଧା ଭିତରେ ଲୁଚି ରହିଥିବା ଘଟଣା, ଏକାସାଙ୍ଗରେ ବ୍ୟଙ୍ଗ ଓ ଗଭୀର ଦର୍ଶନରେ ଭରା ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ତାରିଣୀ ମନ୍ଦିର ଓଡ଼ିଶାର କେନ୍ଦୁଝର ଜିଲ୍ଲାର ଘଟଗାଁରେ ଥିବା ଏକ ଠାକୁରାଣୀ ମନ୍ଦିର । ଏଠାକାର ଅଧିଷ୍ଠାତ୍ରୀ ଦେବୀ ତାରିଣୀ । ପ୍ରବାଦରେ ଅଛି ଘଟଗାଁଠାରେ ଥିବା ମା ତାରିଣୀ ମନ୍ଦିରକୁ ୧୪୮୦ ମସିହାରେ କେନ୍ଦୁଝରର ତତ୍କାଳୀନ ରାଜା ଗୋବିନ୍ଦ ଭଞ୍ଜଦେଓ ନିର୍ମାଣ କରେଇଥିଲେ । ପୁରୀର ତତ୍କାଳୀନ ଗଜପତି ମହାରାଜାଙ୍କ ଆଦେଶକ୍ରମେ ମା ତାରିଣୀ ନୂଆ ମନ୍ଦିର ଘଟଗାଁଠାରେ ଶକ୍ତିପୀଠ ଭାବରେ ସ୍ଥାପିତ ହେଇପାରିଥିଲା । ମା ତାରିଣୀଙ୍କଠାରେ ମନାସିକ କାଲେ ତାହା ନିଶ୍ଚୟ ପୂରଣ ହୁଏ ବୋଲି ଭକ୍ତଙ୍କ ବିଶ୍ବାସ ଥାଏ ।
ଚନ୍ଦ୍ରଶେଖର ରଥ (ଜନ୍ମ ୧୭ ଅକ୍ଟୋବର ୧୯୨୯) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ଜଣାଶୁଣା ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି। ଚନ୍ଦ୍ରଶେଖର ରଥ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନିତ ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ଵାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
କ୍ରନିକ ଅବ୍ସ୍ଟ୍ରକ୍ଟିଭ୍ ପଲ୍ମୋନାରି ଡିଜିଜ
କ୍ରନିକ ଅବ୍ସ୍ଟ୍ରକ୍ଟିଭ୍ ପଲ୍ମୋନାରି ଡିଜିଜ (ସି.ଓ.ପି.ଡି.) (ଓଡ଼ିଆରେ- ଫୁସଫୁସ ବାଧା ସୃଷ୍ଟିକାରୀ ଦୀର୍ଘସ୍ଥାୟୀ ରୋଗ), ରୋଗର ଅନ୍ୟ ଇଂରାଜୀ ନାମ କ୍ରନିକ ଅବ୍ସ୍ଟ୍ରକ୍ଟିଭ୍ ଲଙ୍ଗ ଡିଜିଜ (ସି.ଓ.ଏ.ଡି.), କ୍ରନିକ ଅବ୍ସ୍ଟ୍ରକ୍ଟିଭ୍ ଏୟାର୍ୱେ ଡିଜିଜ୍ (ସି.ଓ.ଏ.ଡି), ଯାହା ଏକ ପ୍ରକାର ଫୁସଫୁସ ରୋଗ ଯେଉଁଥିରେ ଫୁସଫୁସର ଶ୍ଵାସକ୍ରିୟାରେ ଦୀର୍ଘସ୍ଥାୟୀ ବାଧା ହୁଏ । ଧୁମ୍ରପାନ ଏହି ରୋଗର ଏକ ସାଧାରଣ କାରଣ ହେଲେ ମଧ୍ୟ ବାୟୁ ପ୍ରଦୂଷଣ ଓ ଜେନେଟିକ୍ସ ଏହାର ଛୋଟ କାରଣ ଥାଏ ।. ବିକାଶଶୀଳ ରାଷ୍ଟ୍ରମାନଙ୍କରେ ବାୟୁ ପ୍ରଦୂଷଣର ମୁଖ୍ୟ କାରଣ ମଧ୍ୟରେ ରନ୍ଧା ଘରେ ବାୟୁ ଚଳାଚଳର ଅଭାବ ଥାଏ । ଦୀର୍ଘ ଦିନ ଧରି ଏହି ଉଦ୍ଦୀପକ ବସ୍ତୁ ପ୍ରଶ୍ଵାସରେ ଫୁସଫୁସ ଅଭ୍ୟନ୍ତରକୁ ଗଲେ ସେଠାରେ ପ୍ରଦାହ ସୃଷ୍ଟି ହୋଇ ଛୋଟ ଛୋଟ ବାୟୁ ନଳୀ ଆହୁରି ସରୁ ହୋଇଯାଏ ଓ ଫୁସଫୁସ ତନ୍ତୁ ନଷ୍ଟ ହୋଇଯାଏ ଯାହାକୁ ଏମ୍ଫିସେମା କୁହାଯାଏ । ଫୁସଫୁସ କାର୍ଯ୍ୟ ପରୀକ୍ଷାଦ୍ଵାରା (Pulmonry function test) ଫୁସଫୁସରେ କମ ବାୟୁ ପ୍ରବାହ ହେଉଥିବା ଜଣାପଡିଲେ ଏହି ରୋଗ ନିର୍ଣ୍ଣୟ କରାଯାଏ ।.
ଭୂମିକା ଦାଶ ଜଣେ ଓଡ଼ିଆ କଥାଚିତ୍ର ଅଭିନେତ୍ରୀ । ସେ ୨୦୧୩ ମସିହାରେ ଓଡ଼ିଆ କଥାଚିତ୍ର ରୁମ୍କୁ ଝୁମାନା ଚଳଚ୍ଚିତ୍ରରେ ଜଣେ ଶିଶୁ କଳାକାର ଭାବରେ ଅଭିନୟ ଆରମ୍ଭ କରିଥିଲେ । ଏହା ପରେ ସେ ଗପ ହେଲେ ବି ସତ ଚଳଚ୍ଚିତ୍ରରେ ମଧ୍ୟ ଜନେ ଶିଶୁ କଳାକାର ଭାବରେ ଅଭିନୟ କରିଥିଲେ । ୨୦୧୭ ମସିହାରେ ଭୂମିକା ନବମ ଶ୍ରେଣୀରେ ପଢ଼ୁଥିବା ବେଳେ ତରଙ୍ଗ ସିନେ ପ୍ରଡକ୍ସନ୍ର ୭ମ ଚଳଚ୍ଚିତ୍ର ତୁ ମୋ ଲଭ୍ ଷ୍ଟୋରୀ ଚଳଚ୍ଚିତ୍ରରେ ସେ ପ୍ରଥମ ଥର ପାଇଁ ନାୟିକା ଭାବରେ ଅଭିନୟ କରିଥିଲେ । ଭୂମିକା ଓଡ଼ିଶୀ ନୃତ୍ୟ ଶିକ୍ଷା କରିଛନ୍ତି ।
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯)
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯) ୨୦୧୫ରେ ପ୍ରକାଶିତ ଏକ ଓଡ଼ିଆ ବହି । ଏଥିରେ ୧୯୩୬ରୁ ୧୯୬୯ ଭିତରେ ମୁକ୍ତିଲାଭ କରିଥିବା ଓଡ଼ିଆ ସିନେମା ସଂଗୀତ ସଂକଳିତ । ଏହା ସାମ୍ବାଦିକ ଓ ଓଡ଼ିଆ ଚଳଚ୍ଚିତ୍ର ସଂରକ୍ଷକ ସୂର୍ଯ୍ୟ ଦେଓଙ୍କଦ୍ୱାରା ସଂକଳିତ । ଏଥିରେ ଚଳଚ୍ଚିତ୍ର ସମ୍ପୂର୍ଣ୍ଣ ସଙ୍ଗୀତ ସହ ସେସବୁର ବିବରଣୀ, ସଂଗୀତକାର ଓ ଗୀତିକାରଙ୍କ ସମ୍ବନ୍ଧରେ ସଂକ୍ଷିପ୍ତ ପରିଚୟ ଏବଂ ଚଳଚ୍ଚିତ୍ର ସଙ୍ଗୀତର ପରଦା ପଛର କାହାଣୀ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱର ସ୍ଥିତ ସୃଜନଦ୍ୱାରା ୨୦୧୫ ମସିହାରେ ମେ ୨୩ ତାରିଖରେ ପ୍ରଥମେ ପ୍ରକାଶିତ ହୋଇଥିଲା । ଏଥିରେ ମନୋଜ ଦାସ, ମାୟାଧର ମାନସିଂହ, ଗୋଦାବରୀଶ ମହାପାତ୍ର, କୃଷ୍ଣପ୍ରସାଦ ବସୁ ଆଦି ଓଡ଼ିଆ ଲେଖକଙ୍କ ରଚନା ସ୍ଥାନୀତ ହୋଇଥିବା ଗୀତ ରହିଛି ।
ଚିତାବାଘ (ଈଂରାଜୀରେ The Cheetah ଓ ଜୀବ ବିଜ୍ଞାନ ନାମ Acinonyx jubatus) ଏକ ବିଲେଇ ଜାତୀୟ ମାଂସଭୋଜୀ ଜୀବ । ବର୍ତ୍ତମାନ ସମୟରେ ଏହି ଜୀବ ମୁଖ୍ୟତଃ ପୂର୍ବ ଆଫ୍ରିକା, ଦକ୍ଷିଣ ଆଫ୍ରିକା ଓ ଇରାନର କେତେକ ସ୍ଥାନରେ ଦେଖାଯାଏ । ଏକିନୋନିକ୍ସ୍ ପ୍ରଜାତିର ଚିତାବାଘର ପ୍ରଥମ ବର୍ଣ୍ଣନା ୧୭୭୫ ମସିହାରେ ଜୋହାନ୍ ଡାନିଏଲ୍ ଭୋନ୍ ସ୍କ୍ରେବର୍ (Johann Christian Daniel von Schreber)ଙ୍କ ଲେଖାରେ ମିଳେ । ଚିତାବାଘର ଶରୀର ପତଳା, ମୁଣ୍ଡ ଛୋଟ, ଶରୀର ଚିତାଦାଗରେ ପୂର୍ଣ୍ଣ, ଗୋଡ଼ଗୁଡ଼ିକ ପତଳା ଓ ଲମ୍ଵା ଓ ଲାଞ୍ଜ ଲମ୍ଵା । ଏହାର ନାକ ଓ ଆଖି ମଝିରେ ଲୁହ ଗଡ଼ିଲା ପରି ଏକ କଳାଚିହ୍ନ ଥାଏ । ଶରୀର ଗଠନ ଦୃଷ୍ଟିରୁ ଚିତାବାଘ ପତଳା ଓ ହାଲୁକା ଯାହା ବିଲେଇ ପ୍ରଜାତିର ଅନ୍ୟ ଜୀବ ଯଥା ମହାବଳ ବାଘ, ସିଂହ, କଲରାପତରିଆ ବାଘ ଇତ୍ୟାଦିଙ୍କ ଶରୀର ଗଠନର ସମ୍ପୂର୍ଣ୍ଣ ବିପରୀତ । ବରଂ କୁଗାର୍ ପ୍ରଜାତିର ଜୀବଙ୍କ ସହ ଏହାର ଅଧିକ ସାମଞ୍ଜସ୍ୟ ରହିଛି । ଭୂମିରୁ ଚିତାବାଘର କାନ୍ଧର ଉଚ୍ଚତା ପ୍ରାୟ ୭୦-୯୦ ସେଣ୍ଟିମିଟର୍ ହୋଇଥିବା ବେଳେ ଏମାନଙ୍କ ଓଜନ ପ୍ରାୟ ୨୧-୭୨ କିଲୋଗ୍ରାମ୍ ମଧ୍ୟରେ ରହିଥାଏ । ଏମାନେ କଲରାପତରିଆ ବାଘଠାରୁ ସାମାନ୍ୟ ଉଚ୍ଚ ହୋଇଥିବା ବେଳେ ସିଂହମାନଙ୍କ ତୁଳନାରେ ଖୁବ୍ ଛୋଟ । ଏମାନଙ୍କ ହଳଦିଆ ବା ଧୁସରିଆ ରଙ୍ଗର ଚମଡ଼ା ପ୍ରାୟ ୨୦୦୦ ଚିତା ଚିତା ଦାଗରେ ସଜାଇ ହୋଇଥାଏ । ଚିତାବାଘ ମୁଖ୍ୟତଃ ଏକ ଦିବାଚର ପ୍ରାଣୀ ଓ ଏମାନେ ଦିନବେଳେ ଶିକାର କରନ୍ତି । ପ୍ରାପ୍ତବୟସ୍କ ଅଣ୍ଡିରା ଚିତାବାଘ ଶିକାର ପାଇଁ କ୍ଷେତ୍ର ନିୟନ୍ତ୍ରଣ କରନ୍ତି, କିନ୍ତୁ ଏମାନଙ୍କଠାରେ ସାମାଜିକ (ମିଳିମିଶି ଦଳରେ ରହିବା) ମନୋଭାବ ମଧ୍ୟ ଦେଖାଯାଇଥାଏ । କେତେକ ସମୟରେ ଚିତାବାଘ ଭାଈମାନଙ୍କ ଗୋଷ୍ଠୀ ମିଳିମିଶି ରହିବା ଓ ଶିକାର କରିବା ଦେଖାଯାଏ । ମାଈ ଚିତାବାଘମାନଙ୍କଠାରେ ଶିକାର କ୍ଷେତ୍ର ନିୟନ୍ତ୍ରଣ ପ୍ରବୃତ୍ତି ଦେଖାଯାଏ ନାହିଁ । ମାଈମାନେ ଏକାକୀ କିମ୍ଵା ନିଜ ପରିବାର ସହିତ ରୁହନ୍ତି । ଚିତାବାଘ ମାଂସଭୋଜୀ ପ୍ରାଣୀ ଓ ସାଧାରଣତଃ ଆଣ୍ଟିଲୋପ୍ ହରିଣ (କୁଟୁରା ଭଳି ଜୀବ) ବା ଥୋମସନ୍ ଗ୍ୟାଜେଲ୍ ହରିଣଙ୍କ ଶିକାର କରନ୍ତି । ଚିତାବାଘ ଶିକାରର ଅଜାଣତରେ ତାହାର ୧୦୦ରୁ ୩୦୦ ମିଟର୍ ଦୂରତା ପର୍ଯ୍ୟନ୍ତ ଛପି ଛପି ତା’ର ଅନୁସରଣ କରେ ଓ ତାହାପରେ ଶିକାରକୁ ଗୋଡ଼ାଇ ଧରିବାକୁ ଚେଷ୍ଟା କରେ । ଦୌଡ଼ୁଥିବା ଅବସ୍ଥାରେ ଶିକାରକୁ ପକାଇ ଦେଇ ଓ ତାହାର ଶ୍ଵାସରୁଦ୍ଧ କରି ହତ୍ୟା କରେ । ଚିତାବାଘର ଦ୍ରୁତ ବେଗର କାରଣ ହେଉଛି ତାହାର ଶରୀର ଗଠନ । ସ୍ଥଳଚର ପ୍ରାଣୀଙ୍କ ମଧ୍ୟରେ ଚିତାବାଘ ଦ୍ରୁତତମ । ଶିକାର କରୁଥିବା ଅବସ୍ଥାରେ ଚିତାବାଘର ହାରାହାରି ବେଗ ପ୍ରାୟ ୬୪ କି.ମି. ପ୍ରତି ଘଣ୍ଟା ହୋଇଥାଏ । ଶିକାରକୁ ଗୋଡ଼ାଇବା ବେଳେ ଚିତାବାଘ ଖୁବ୍ କମ୍ ସମୟପାଇଁ ପ୍ରାୟ ୧୧୨ କି.ମି.
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନ ଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବ ଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ଵଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
କ୍ଷୀରଚୋରା ଗୋପୀନାଥ ମନ୍ଦିର ରେମୁଣାରେ ଅବସ୍ଥିତ । ଏହା ବାଲେଶ୍ଵରଠାରୁ ୯ କିମି ପୂର୍ବରେ ହାଉଡ଼ା ଓ ଭୁବନେଶ୍ଵର ମଝିରେ ପଡ଼େ । ରେମୁଣା ନାମଟି ରମଣୀୟ ଶବ୍ଦରୁ ଆସିଛି ଜାହାର ଅର୍ଥ ସୁନ୍ଦର । କ୍ଷୀରଚୋରା ଗୋପୀନାଥ ମନ୍ଦିର ଓଡ଼ିଶାର ହିନ୍ଦୁ ମନ୍ଦିରମାନଙ୍କ ଭିତରେ ଏକ ଜଣାଶୁଣା ଏବଂ ପ୍ରସିଦ୍ଧ ଆନ୍ତର୍ଜାତୀୟ ମନ୍ଦିର । ଏହା ଗଙ୍ଗବଂଶର ରାଜା ଲାଙ୍ଗୁଳା ନରସିଂହଦେବଙ୍କଦ୍ଵାରା ତିଆରି କରାଯାଇଥିଲା ଯେକି ପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟ ମନ୍ଦିର ନିର୍ମାଣ କରିଥିଲେ । ବୃନ୍ଦାବନର ତିନି ଠାକୁର ଶ୍ରୀ ମଦନମୋହନ(ସମ୍ବନ୍ଧ ତତ୍ତ୍ଵ), ଶ୍ରୀ ଗୋବିନ୍ଦ(ଅବିଧେୟ ତତ୍ତ୍ଵ), ଶ୍ରୀ ଗୋପୀନାଥ(ପ୍ରୟୋଜନ ତତ୍ତ୍ଵ)ଭଳି ଏଠାରେ ଏହି ତିନି ଠାକୁର ବିରାଜିତ ହୋଇଥିବାରୁ ଏହାକୁ ପୂର୍ବ ଭାରତର ଗୁପ୍ତ ବୃନ୍ଦାବନ ଧାମ ମଧ୍ୟ କୁହାଯାଏ ରେମୁଣାର ଗଛଲତା ଭରା ଏକ ଶୀତଳ ପରିବେଶ ଭିତରେ ଗୋପୀନାଥ ପୂଜା ପାଇଥାନ୍ତି । ବର୍ଷ ସାରା ଏହି ମନ୍ଦିରକୁ ଅନେକ ଭକ୍ତଙ୍କ ସୁଅ ଛୁଟିଥାଏ ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ଵ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ଵାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା । ସେ ୧୮୨୭-୧୮୬୪ ମସିହା ଜାନୁଆରୀ ୨୩ ତାରଖି ପର୍ଯ୍ୟନ୍ତ ବିଦ୍ରୋହର ବହ୍ନିକୁ ପ୍ରଜ୍ଜ୍ୱଳତି କରି ରଖିଥିଲେ । ସୁରେନ୍ଦ୍ର ସାଏ ୧୮୨୭ରୁ ୧୮୪୦ ପର୍ଯ୍ୟନ୍ତ ୧୩ ବର୍ଷ ଓ ୧୮୫୭ରୁ ୧୮୬୪ ପର୍ଯ୍ୟନ୍ତ ୭ ବର୍ଷ ଏହିପରି ଦୁଇଟି ପର୍ଯ୍ୟାୟରେ ମୋଟରେ ୨୦ ବର୍ଷ ଇଂରେଜ ସରକାରଙ୍କ ବିରୁଦ୍ଧରେ ନିରବଚ୍ଛିନ୍ନ ଭାବରେ ଲଢ଼େଇ କରିଥିଲେ । ପ୍ରଥମ ପର୍ଯ୍ୟାୟରେ ଇଂରେଜମାନଙ୍କ ବିରୁଦ୍ଧରେ ତାଙ୍କର ସଂଗ୍ରାମ ୧୮୨୭-୧୮୪୦ ମସିହା ପର୍ଯ୍ୟନ୍ତ ବିକ୍ଷିପ୍ତ ଏବଂ ସୀମିତ ଥିଲା । କିନ୍ତୁ ଦ୍ୱିତୀୟ ପର୍ଯ୍ୟାୟରେ ଏହା ଅଧିକ ସୁସଙ୍ଗଠିତ, ସୁସଂହତ ତଥା ବୀରତ୍ୱପୂର୍ଣ୍ଣ ଥିଲା । ତାଙ୍କର ଅଦ୍ଭୁତ ସଂଗଠନ ଶକ୍ତି, ଅସୀମ ପରାକ୍ରମ, ଅସାଧାରଣ ରଣକୌଶଳ ବ୍ରିଟିଶ୍ ଶାସକ ଓ ସୈନ୍ୟବାହିନୀକୁ ଆଶ୍ଚର୍ଯ୍ୟାନ୍ୱିତ କରିଥିଲା ।
ସିଷ୍ଟର ଶ୍ରୀଦେବୀ, ୨୦୧୭ରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟି ୨୦୧୭ ମସିହା ରଜରେ ମୁକ୍ତିଲାଭ କରିଥିଲା । ତରଙ୍ଗ ସିନେ ପ୍ରଡକ୍ସନ ପ୍ରଯୋଜନାରେ ଏହି ଚଳଚ୍ଚିତ୍ରଟି ନିର୍ମିତ ହୋଇଥିଲା । ଚଳଚ୍ଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ଅଶୋକ ପତି । ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର ଚଳଚ୍ଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ଏବଂ ଗୀତିକାର ନିର୍ମଳ ନାୟକ ଚଳଚ୍ଚିତ୍ରର ଗୀତଗୁଡ଼ିକ ରଚନା କରିଥିଲେ । ଚଳଚ୍ଚିତ୍ରର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ନାୟକ ବାବୁଶାନ୍ ଏବଂ ନବାଗତା ଶିବାନୀ । ଶିବାନୀ ପୂର୍ବରୁ ଶିଶୁ କଳାକାର ଭାବରେ ଓଡ଼ିଆ କଥାଚିତ୍ରରେ ଅଭିନୟ କରିଥିଲେ । ଗାୟକ ଋତୁରାଜ ମହାନ୍ତି, ତାରିକ୍, ପାମେଲା ଜୈନ, କୁଲଦୀପ ପ୍ରମୁଖ ଏହି ଚଳଚ୍ଚିତ୍ରରେ କଣ୍ଠଦାନ କରିଥିଲେ । ଚଳଚ୍ଚିତ୍ରର ସହକାରୀ ଭୂମିକାରେ ମିହିର ଦାସ, ଅପରାଜିତା ମହାନ୍ତି, ସଲିଲ ମିତ୍ର ପ୍ରମୁଖ ବରିଷ୍ଠ କଳାକାରମାନେ ଅଭିନୟ କରିଥିଲେ ।