ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ସ୍ଵାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ଵ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ଵଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ଵଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ଵନାଥ ଦତ୍ତ ଓ ଭୁବନେଶ୍ଵରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ଵାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ଗେରୁଆ ପୋଷାକ ଧାରଣ କରିଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ଵରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ସେ ଜଗତସିଂହପୁର ଜିଲ୍ଲାର ବାଲିକୁଦାଠାରେ ୨୧ ଜାନୁଆରୀ ୧୯୪୩ ମସିହାରେ ଜନ୍ମ ଗ୍ରହଣ କରିଥିଲେ । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଦେଶର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ଵୀକୃତି ଲାଭ କରିଥିଲା । ଶ୍ରୀମତୀ ରାୟ ତାଙ୍କର ଯାଜ୍ଞସେନୀ (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ । ପରବର୍ତ୍ତୀ ସମୟରେ ଏହା ସାତଟି ଭାଷାରେ ଅନୁବାଦିତ ହୋଇଥିଲା ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ଵାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ଵଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଚନ୍ଦ୍ରଶେଖର ରଥ (ଜନ୍ମ ୧୭ ଅକ୍ଟୋବର ୧୯୨୯) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ଜଣାଶୁଣା ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି। ଚନ୍ଦ୍ରଶେଖର ରଥ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନିତ ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨)ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଉଇକିପିଡ଼ିଆ' (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା ୱେବକୁ ନେଇ ତିଆରି ମିଳିତ ବହୁଭାଷୀ ଜ୍ଞାନକୋଷ । ଏହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ପରିଚାଳିତ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର ଉଇକିଆଳିଙ୍କଦ୍ୱାରା ସମ୍ପାଦିତ । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦେଇ ବଦଳାଯାଇପାରିବ । ଉଇକିପିଡ଼ିଆ ୨୦୦୧ ମସିହାରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦେଇ ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ । ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ଵବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ଵତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି । ତାଙ୍କର ଲେଖା ଗଭୀର ସତକଥା, ନାନା ଅସୁବିଧା ଭିତରେ ଲୁଚି ରହିଥିବା ଘଟଣା, ଏକାସାଙ୍ଗରେ ବ୍ୟଙ୍ଗ ଓ ଗଭୀର ଦର୍ଶନରେ ଭରା ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ବିଶ୍ଵନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କ ଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଗୋଟିଏ ସ୍ଵାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ଵାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ଵ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଭୁବନେଶ୍ଵର ଭୁବନେଶ୍ଵର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ଵର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ଵର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ଵାରା ବିଶେଷ ଆଦୃତ ହୋଇଅଛି ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ସି ପ୍ରୋଗ୍ରାମିଂ ଭାଷା(C Programming Language) ଏକ ଉଚ୍ଚ ସ୍ତରିୟ ପ୍ରୋଗ୍ରାମିଂ ଭାଷା ଯାହାର ପ୍ରାଥମିକ ବିକାସ ଡେନିସ ରୀଚିଦ୍ୱାରା ୧୯୬୯ ଏବଂ ୧୯୭୩ ମଧ୍ୟରେ ବେଲ ପ୍ରୟଗଶାଳା କରାଯାଇଥିଲା। ସି ପ୍ରୋଗ୍ରାମିଂ ଭାଷାର ରୁପରେଖା ଏପରି ଅଛି ଯାହା ଦ୍ୱାର ଏହାକୁ 'ଯନ୍ତ୍ର ଅନୁଦେଶ'(Machine Instruction) ସହିତ ଭାଲ ଭାବରେ ପ୍ରତିଚିତ୍ରଣ କରିହେବ ଏହି କାରଣରୁ ସିଷ୍ଟମ ସଫ୍ଟୱେର ଯେପରିକି 'ୟୁନିକ୍ସ ଅପରେଟିଙ୍ଗ ସିଷ୍ଟମକୁ'(UNIX Operating System) ଅତ୍ୟଧିକ ଭାବରେ ସି ପ୍ରୋଗ୍ରାମିଂ ଭାଷାରେ ଲେଖାଯାଇଛି।
ଚିତାବାଘ (ଈଂରାଜୀରେ The Cheetah ଓ ଜୀବ ବିଜ୍ଞାନ ନାମ Acinonyx jubatus) ଏକ ବିଲେଇ ଜାତୀୟ ମାଂସଭୋଜୀ ଜୀବ । ବର୍ତ୍ତମାନ ସମୟରେ ଏହି ଜୀବ ମୁଖ୍ୟତଃ ପୂର୍ବ ଆଫ୍ରିକା, ଦକ୍ଷିଣ ଆଫ୍ରିକା ଓ ଇରାନର କେତେକ ସ୍ଥାନରେ ଦେଖାଯାଏ । ଏକିନୋନିକ୍ସ୍ ପ୍ରଜାତିର ଚିତାବାଘର ପ୍ରଥମ ବର୍ଣ୍ଣନା ୧୭୭୫ ମସିହାରେ ଜୋହାନ୍ ଡାନିଏଲ୍ ଭୋନ୍ ସ୍କ୍ରେବର୍ (Johann Christian Daniel von Schreber)ଙ୍କ ଲେଖାରେ ମିଳେ । ଚିତାବାଘର ଶରୀର ପତଳା, ମୁଣ୍ଡ ଛୋଟ, ଶରୀର ଚିତାଦାଗରେ ପୂର୍ଣ୍ଣ, ଗୋଡ଼ଗୁଡ଼ିକ ପତଳା ଓ ଲମ୍ଵା ଓ ଲାଞ୍ଜ ଲମ୍ଵା । ଏହାର ନାକ ଓ ଆଖି ମଝିରେ ଲୁହ ଗଡ଼ିଲା ପରି ଏକ କଳାଚିହ୍ନ ଥାଏ । ଶରୀର ଗଠନ ଦୃଷ୍ଟିରୁ ଚିତାବାଘ ପତଳା ଓ ହାଲୁକା ଯାହା ବିଲେଇ ପ୍ରଜାତିର ଅନ୍ୟ ଜୀବ ଯଥା ମହାବଳ ବାଘ, ସିଂହ, କଲରାପତରିଆ ବାଘ ଇତ୍ୟାଦିଙ୍କ ଶରୀର ଗଠନର ସମ୍ପୂର୍ଣ୍ଣ ବିପରୀତ । ବରଂ କୁଗାର୍ ପ୍ରଜାତିର ଜୀବଙ୍କ ସହ ଏହାର ଅଧିକ ସାମଞ୍ଜସ୍ୟ ରହିଛି । ଭୂମିରୁ ଚିତାବାଘର କାନ୍ଧର ଉଚ୍ଚତା ପ୍ରାୟ ୭୦-୯୦ ସେଣ୍ଟିମିଟର୍ ହୋଇଥିବା ବେଳେ ଏମାନଙ୍କ ଓଜନ ପ୍ରାୟ ୨୧-୭୨ କିଲୋଗ୍ରାମ୍ ମଧ୍ୟରେ ରହିଥାଏ । ଏମାନେ କଲରାପତରିଆ ବାଘଠାରୁ ସାମାନ୍ୟ ଉଚ୍ଚ ହୋଇଥିବା ବେଳେ ସିଂହମାନଙ୍କ ତୁଳନାରେ ଖୁବ୍ ଛୋଟ । ଏମାନଙ୍କ ହଳଦିଆ ବା ଧୁସରିଆ ରଙ୍ଗର ଚମଡ଼ା ପ୍ରାୟ ୨୦୦୦ ଚିତା ଚିତା ଦାଗରେ ସଜାଇ ହୋଇଥାଏ । ଚିତାବାଘ ମୁଖ୍ୟତଃ ଏକ ଦିବାଚର ପ୍ରାଣୀ ଓ ଏମାନେ ଦିନବେଳେ ଶିକାର କରନ୍ତି । ପ୍ରାପ୍ତବୟସ୍କ ଅଣ୍ଡିରା ଚିତାବାଘ ଶିକାର ପାଇଁ କ୍ଷେତ୍ର ନିୟନ୍ତ୍ରଣ କରନ୍ତି, କିନ୍ତୁ ଏମାନଙ୍କଠାରେ ସାମାଜିକ (ମିଳିମିଶି ଦଳରେ ରହିବା) ମନୋଭାବ ମଧ୍ୟ ଦେଖାଯାଇଥାଏ । କେତେକ ସମୟରେ ଚିତାବାଘ ଭାଈମାନଙ୍କ ଗୋଷ୍ଠୀ ମିଳିମିଶି ରହିବା ଓ ଶିକାର କରିବା ଦେଖାଯାଏ । ମାଈ ଚିତାବାଘମାନଙ୍କଠାରେ ଶିକାର କ୍ଷେତ୍ର ନିୟନ୍ତ୍ରଣ ପ୍ରବୃତ୍ତି ଦେଖାଯାଏ ନାହିଁ । ମାଈମାନେ ଏକାକୀ କିମ୍ଵା ନିଜ ପରିବାର ସହିତ ରୁହନ୍ତି । ଚିତାବାଘ ମାଂସଭୋଜୀ ପ୍ରାଣୀ ଓ ସାଧାରଣତଃ ଆଣ୍ଟିଲୋପ୍ ହରିଣ (କୁଟୁରା ଭଳି ଜୀବ) ବା ଥୋମସନ୍ ଗ୍ୟାଜେଲ୍ ହରିଣଙ୍କ ଶିକାର କରନ୍ତି । ଚିତାବାଘ ଶିକାରର ଅଜାଣତରେ ତାହାର ୧୦୦ରୁ ୩୦୦ ମିଟର୍ ଦୂରତା ପର୍ଯ୍ୟନ୍ତ ଛପି ଛପି ତା’ର ଅନୁସରଣ କରେ ଓ ତାହାପରେ ଶିକାରକୁ ଗୋଡ଼ାଇ ଧରିବାକୁ ଚେଷ୍ଟା କରେ । ଦୌଡ଼ୁଥିବା ଅବସ୍ଥାରେ ଶିକାରକୁ ପକାଇ ଦେଇ ଓ ତାହାର ଶ୍ଵାସରୁଦ୍ଧ କରି ହତ୍ୟା କରେ । ଚିତାବାଘର ଦ୍ରୁତ ବେଗର କାରଣ ହେଉଛି ତାହାର ଶରୀର ଗଠନ । ସ୍ଥଳଚର ପ୍ରାଣୀଙ୍କ ମଧ୍ୟରେ ଚିତାବାଘ ଦ୍ରୁତତମ । ଶିକାର କରୁଥିବା ଅବସ୍ଥାରେ ଚିତାବାଘର ହାରାହାରି ବେଗ ପ୍ରାୟ ୬୪ କି.ମି. ପ୍ରତି ଘଣ୍ଟା ହୋଇଥାଏ । ଶିକାରକୁ ଗୋଡ଼ାଇବା ବେଳେ ଚିତାବାଘ ଖୁବ୍ କମ୍ ସମୟପାଇଁ ପ୍ରାୟ ୧୧୨ କି.ମି.
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣାଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URIଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URLଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ଅଖିଳ ମୋହନ ପଟ୍ଟନାୟକ ଜଣେ ଜଣାଶୁଣା ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ । ଅଖିଳମୋହନଙ୍କ ସମସାମୟିକ ସାହିତ୍ୟିକମାନେ ଗ୍ରାମାଞ୍ଚଳର ଜୀବନ ଆଧାରରେ ସେମାନଙ୍କ ସାହିତ୍ୟ ସୃଷ୍ଟି କରୁଥିଲା ବେଳେ ତାଙ୍କ ସାହିତ୍ୟର ମୁଖ୍ୟ ଉପଜୀବ୍ୟ ଥିଲା ସହରୀ ଜୀବନ । ୧୯୪୮ ମସିହାରେ, ତାଙ୍କର ପ୍ରଥମ ଗଳ୍ପ "ସପନ" ପ୍ରକାଶିତ ହୋଇଥିଲା । ୧୯୮୧ ମସିହାରେ ଓ ଅନ୍ଧଗଳି ପାଇଁ ତାଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଥିଲା । ତାଙ୍କ ଲିଖିତ ପୁସ୍ତକ ଗୁଡ଼ିକ ଇଂରାଜୀ ଏବଂ ଅନ୍ୟ ଭାରତୀୟ ଭାଷାରେ ଅନୁବାଦିତ ହୋଇସାରିଛି । ଅଖିଳ ମୋହନ ଅଭିନୟରେ ମଧ୍ୟ ରୁଚି ରଖୁଥିଲେ । "ଜନତା ରଙ୍ଗମଞ୍ଚ"ର ପୁନରୁଦ୍ଧାର ଦିଗରେ, ସେ କାର୍ଯ୍ୟ କରିଥିଲେ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ରେଭେନ୍ସା ମହାବିଦ୍ୟାଳୟ (ବର୍ତ୍ତମାନ ରେଭେନ୍ସା ବିଶ୍ୱବିଦ୍ୟାଳୟ) କଟକରେ ଅବସ୍ଥିତ । ଏହାକୁ ଥୋମାସ ଏଡୱାଡ ରେଭେନ୍ସା (Thomas Edward Ravenshaw) , ୱିଲିୟମ ୱୀଥର (William Withers)ଙ୍କ ବଂଶଜ , ୧୮୬୮ ମସିହାରେ ପ୍ରତିଷ୍ଠା କରିଥିଲେ । ଥୋମାସ ଓ ତାଙ୍କ ପତ୍ନୀ ମ୍ୟାରୀ ସୁସନ୍ନା ସାଇମଣ୍ଡ ରେଭେନ୍ସା (Mary Susannah Symonds Ravenshaw) ସେତେବେଳେ ଓଡ଼ିଶାରେ ରହୁଥିଲେ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
ମାୟାଧର ମାନସିଂହ (୧୯୦୫-୧୯୭୩) ଖୋର୍ଦ୍ଧା ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ଵବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡରହାମ ବିଶ୍ଵବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ବରାହମିହିର (ସନ ୫୦୫- ସନ ୫୮୭) ହେଉଛନ୍ତି ଜଣେ ମହାନ୍ ଭାରତୀୟ ଗଣିତଜ୍ଞ, ଜ୍ୟୋତିର୍ବିଦ ଓ ଖଗୋଳ ବିଜ୍ଞାନୀ। ସେ କେବଳ ବରାହ ବା ମିହିର ଭାବେ ମଧ୍ୟ ପରିଚିତ। ତାଙ୍କର ଜନ୍ମ ଉଜ୍ଜୟିନୀରେ ହୋଇଥିଲା ।ପିତା ଆଦିତ୍ୟଦାସଙ୍କ ଠାରୁ ପାରମ୍ପାରିକ ଗଣିତ ଏବଂ ଜ୍ୟୋତିଷ ଶାସ୍ତ୍ର ଅଧ୍ୟୟନ କରି ସେଥିରେ ଅନେକ ସଂସ୍କାର ଆଣିଥିଲେ। ଗୁପ୍ତ ସାମ୍ରାଜ୍ୟର ବିକ୍ରମାଦିତ୍ୟ(ଚନ୍ଦ୍ରଗୁପ୍ତ-୨ୟ)ଙ୍କ ରାଜସଭାରେ ସେ ନବରତ୍ନଙ୍କ ମଧ୍ୟରେ ସ୍ଥାନ ପାଇଥିଲେ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ସାର ଆଇଜାକ ନିଉଟନ (୪ ଜାନୁଆରୀ ୧୬୪୩ – ୩୧ ମାର୍ଚ୍ଚ ୧୭୨୭) ଜଣେ ଇଂରେଜ ଭୌତିକବିଦ ଏବଂ ଗଣିତଜ୍ଞ ଥିଲେ । ସେ ଗତି, ଆଲୋକ, ମାଧ୍ୟାକର୍ଷଣ, ଏବଂ କାଲ୍କୁଲସ୍ରେ ନିଜର ନୀୟମ ପାଇଁ ଜଣା । ୧୬୮୭ ରେ, ନିଉଟନ ଗୋଟିଏ ବହି ଫିଲୋସୋଫି ନାଚୁରାଲିସ ପ୍ରିନ୍ସିପିଆ ମାଥମେଟିକା (Philosophiae Naturalis Principia Mathematica) ଲେଖିଥିଲେ ଯେଉଁଥିରେ ସେ ତାଙ୍କର ସର୍ବବ୍ୟାପୀ ମାଧ୍ୟାକର୍ଷଣ ଏବଂ ଗତିର ତିନୋଟି ନୀୟମବିଷୟରେ କହିଥିଲେ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ବିବାହ କହିଲେ ସାଧାରଣତଃ ଜଣେ ପୁରୁଷ ଜଣେ ମହିଳାଙ୍କ ସହିତ ସାମାଜିକ ଓ ଆଇନଗତ ସ୍ୱିକୃତି ସହିତ ସହାବସ୍ଥାନ ଓ ପରସ୍ପର ପ୍ରତି ତଥା ସେମାନଙ୍କର ପିଲାମାନଙ୍କ ଓ ସମ୍ପର୍କୀୟଙ୍କ ପ୍ରତି ଅନ୍ତର୍ନିହିତ ଅଧିକାର ଓ କର୍ତ୍ତବ୍ୟକୁ ବୁଝାଏ । ବିଭିନ୍ନ ସଂସ୍କୃତିରେ ବିବାହର ସଂଜ୍ଞା ଭିନ୍ନ ଥାଏ କିନ୍ତୁ ଏହା ଏକ ଅନୁଷ୍ଠାନ ଯେଉଁଥିରେ ମୂଖ୍ୟତଃ ଯୌନ ସମ୍ପର୍କକୁ ଅଗ୍ରାଧିକାର ଦିଆଯାଏ । ଏହା ସହିତ ପାରିବାରିକ, ସାମାଜିକ, ଅର୍ଥନୈତିକ, ଧର୍ମ ସମ୍ବନ୍ଧୀୟ ଭାବୁକତା ମଧ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । କେତେକ ସଂସ୍କୃତିରେ କୌଣସି ଯୌନ କାରବାର କରିବା ପୂର୍ବରୁ ବିବାହ ବାଧ୍ୟତାମୂଳକ । କେତେକ ସଂସ୍କୃତିରେ ସ୍ଥିରିକୃତ ବିବାହ, ବାଲ୍ୟ ବିବାହ, ଏକାଧିକ ବିବାହ ଓ ବଳପୂର୍ବକ ବିବାହ ପ୍ରଥା ଅଛି । ଅନ୍ୟ ପକ୍ଷରେ ଏହି ଭଳି ବିବାହ ଅନେକ ସ୍ଥାନରେ ବେନିୟମ ଓ ଦଣ୍ଡନୀୟ କାରଣ ଏହା ମହିଳାଙ୍କ ଅଧିକାରର ଆନ୍ତର୍ଜାତୀୟ ନିୟମର ପରିପନ୍ଥି । ବିବାହକୁ ସ୍ୱୀକୃତ ଦିଏ ରାଜ୍ୟ, ସଂଗଠନ, ଆଦିବାସୀ ଦଳ, ସ୍ଥାନୀୟ ଗୋଷ୍ଟି ବା ସମ୍ମାନନୀୟ ବ୍ୟକ୍ତି । ବିବାହକୁ ଅନେକ ଏକ ଅନୁବନ୍ଧିତ କାନୁନୀ ବିବାହ ମନେକରନ୍ତି । କାନୁନୀ ବିବାହରେ ଧାର୍ମିକ କ୍ରିୟା ସମ୍ପାଦିତ ହୁଏ ନାହିଁ । ବିଂଶ ଶତାବ୍ଦୀରେ ଆଗରୁ ଅଣସ୍ୱିକୃତ ଥିବା ଭିନ୍ନ ଜାତି ବିବାହ, ଭିନ୍ନ ବିଶ୍ୱାସ ବିବାହ ଓ ସମଲିଙ୍ଗୀ ବିବାହକୁ ଅନେକ ଦେଶ ସ୍ୱିକୃତି ଦେଇସାରିଛନ୍ତି । ବିବାହ ହିନ୍ଦୁମାନଙ୍କର ଦଶବିଧ ସଂସ୍କାର(ଗର୍ଭାଧାନ, ପୁଂସବନ, ସୀମାନ୍ତୋନ୍ନୟନ, ଜାତକର୍ମ, ନାମକରଣ, ଅନ୍ନପ୍ରାଶନ, ମୁଣ୍ଡନ, ଉପନୟନ, ସମାବର୍ତ୍ତନ, ବିବାହ) ମଧ୍ୟରୁ ଗୋଟିଏ ।
ମକର ସଂକ୍ରାନ୍ତି ଏକ ସର୍ବ ଭାରତୀୟ ପର୍ବ । ଏହି ପର୍ବକୁ ସମସ୍ତେ ଉତ୍ସାହର ସହିତ ପାଳନ କରନ୍ତି । ଭାରତ ବାହାରେ ରୋମାନ ଓ ଇହୁଦୀମାନେ ମଧ୍ୟ ଏହିପର୍ବ ପାଳନ କରନ୍ତି । ଭାରତର ବିଭିନ୍ନ ଅଞ୍ଚଳ ଅପେକ୍ଷା ଦକ୍ଷିଣ ଭାରତରେ ଏହା ସବୁଠାରୁ ବଡ଼ ପର୍ବ । ଦକ୍ଷିଣରେ ଏହାକୁ ପୋଙ୍ଗଲ ବୋଲି କହନ୍ତି । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ମକର ରାଶିରେ ପ୍ରବେଶ କରିଥାନ୍ତି । ମକର ସଂକ୍ରାନ୍ତିକୁ ମାଘ ମାସର ପ୍ରଥମ ଦିନ ହିସାବରେ ଗ୍ରହଣ କରାଯାଏ । ସଂକ୍ରାନ୍ତି ହେଉଛି ସୂର୍ଯ୍ୟଙ୍କର ସଂକ୍ରମଣ ବା ଗୋଟିଏ ରାଶିରୁ ଅନ୍ୟ ରାଶିକୁ ଚଳନ କରିବାର ଦିନ । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ଧନୁ ରାଶିରୁ ମକର ରାଶିକୁ କ୍ରମଶଃ ଗମନ କରନ୍ତି । ଏହି ଦିନଠାରୁ ସୂର୍ଯଙ୍କର ଉତ୍ତରାୟଣ ଗତି ଆରମ୍ଭ ହୋଇଥାଏ ।
କାବୁଲା ବାରବୁଲା, ୨୦୧୭ ଦୁର୍ଗାପୂଜା ସମୟରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ବିଜୟ କନ୍ଦୋଇ ଏବଂ ଅଭିରାମ ସାହୁ । ବସନ୍ତରାଜ ସାମଲ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ରମେଶ ରାଉତ କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତ ନିର୍ଦ୍ଦେଶକ ପ୍ରେମ ଆନନ୍ଦ ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ । ଗୀତିକାର ବସନ୍ତରାଜ ସାମଲ କଥାଚିତ୍ରଟିର ଗୀତଗୁଡ଼ିକ ରଚନା କରିଥିଲେ । ବିଶ୍ୱଜିତ ମହାପାତ୍ର, ଅନନ୍ୟା ଶ୍ରୀତମ ନନ୍ଦ, ଦୀପ୍ତିରେଖା ପାଢ଼ୀ, ଅଭିଜିତ ମଜୁମଦାର, ହ୍ୟୁମାନ ସାଗର ଆଦି କଳାକାରମାନେ କଥାଚିତ୍ରଟିର ଗୀତଗୁଡ଼ିକ ଗାଇଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.