ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଭାରତ ଜନ୍ମିତ ଆମେରିକୀୟ ଜୈବ ରସାୟନ ବିଜ୍ଞାନୀ ହରଗୋବିନ୍ଦ ଖୋରାନା ଅଖଣ୍ଡ ଭାରତର ପଞ୍ଜାବ ପ୍ରଦେଶର ରାୟପୁରରେ ୧୯୨୨ ଜାନୁଆରୀ ୯ ତାରିଖରେ ଜନ୍ମଗ୍ରହଣ କରିଥିଲେ । ବ୍ରିଟିଶ ଶାସନାଧିନ ଭାରତରେ ତାଙ୍କ ପିତା ଥିଲେ ଜଣେ କୃଷି ବିଭାଗ କିରାଣି । ଖୋରାନା ମୁଲତାନର ଡିଏଭି ସ୍କୁଲରୁ ବିଦ୍ୟାଶିକ୍ଷା ସମାପ୍ତ କରିବା ପରେ ଲାହୋର ବିଶ୍ଵବିଦ୍ୟାଳୟରୁ ବିଜ୍ଞାନରେ ସ୍ନାତକୋତ୍ତର ଉପାଧି ହାସଲ କରିଥିଲେ । ବୃତ୍ତି ପାଇ ଅଧିକ ଅଧ୍ୟୟନ ନିମନ୍ତେ ଇଂଲଣ୍ଡ ଯାଇ ସେ ଲିଭରପୁଲ ବିଶ୍ଵବିଦ୍ୟାଳୟରୁ ପି.ଏଚ.ଡି ଡିଗ୍ରି ହାସଲ କରି ଭାରତ ଫେରିଥିଲେ । ଭାରତ ସ୍ଵାଧିନ ହେବାପରେ ୧୯୪୯ରେ ସେ ପୁଣି ଇଂଲଣ୍ଡ ଯାଇ କେମ୍ବ୍ରିଜ ବିଶ୍ଵବିଦ୍ୟାଳୟରେ ସେ ପ୍ରୋଟିନ ଓ ନ୍ୟୁକ୍ଳିକ ଏସିଡ଼ ଉପରେ ଦୁଇଜଣ ବୈଜ୍ଞାନିକ ଡି.ଡବ୍ଲ୍ୟୁ କେନର ଓ ଏ.ଆର. ଟଡ଼ଙ୍କ ସହ ମିଶି ଗବେଷଣା କଲେ । ପରେ ଅନ୍ୟତମ ବୈଜ୍ଞାନିକ ଡ. ଗର୍ଡ଼ନ ଏମ.
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ସ୍ଵାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ଵ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ଵଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ଵଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ଵନାଥ ଦତ୍ତ ଓ ଭୁବନେଶ୍ଵରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ଵାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ଗେରୁଆ ପୋଷାକ ଧାରଣ କରିଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ଵରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ବିଟ କଏନ ଏକ ଗୁପ୍ତ ମୁଦ୍ରା ବା ଅଦୃଶ୍ୟ କ୍ୟାଶ ଅଟେ । ଏହାକୁ ଅନଲାଇନ ୱାଲେଟ ମଧ୍ୟ କୁହାଯାଏ । ଅନଲାଇନରେ ଦ୍ରବ୍ୟ କ୍ରୟ ପାଇଁ ଏହାକୁ ବ୍ୟବହାର କରାଯାଏ । ସାଂଖିକ ଦେଣନେଣ ( ଡିଜିଟାଲ ପେମେଣ୍ଟ )ର ଏହା ଏକ ମାଧ୍ୟମ ଅଟେ । ବିଟ କଏନଦ୍ୱାରା ବିଶ୍ୱର ଯେକୌଣସି ସ୍ଥାନରୁ ସିଧାସଳଖ କିଣାବିକା କରାଯାଇ ପାରେ । ଏକ ଅଜ୍ଞାତ ପ୍ରୋଗ୍ରାମର କିମ୍ବା ସତୋଶୀ ନାକାମୋତୋ ନାମକ ଏକ ପ୍ରୋଗ୍ରାମର ଗୋଷ୍ଠୀ ଦ୍ବାରା ଉଦ୍ଭାବିତ ହୋଇଥିଲା । ଏହାକୁ ଓପନ ସୋର୍ସରେ ୨୦୦୯ ମସିହାରେ ଛଡ଼ାଯାଇଥିଲା ।
ପିଣ୍ଟୁ ନନ୍ଦ (ଜନ୍ମ: ୭ ଜୁଲାଇ ୧୯୭୭), ଜଣେ ଓଡ଼ିଆ କଥାଚିତ୍ର ଅଭିନେତା । ସେ ୧୯୯୬ରେ କୋଇଲି କଥାଚିତ୍ର ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ପ୍ରବେଶ କରିଥିଲେ । ଏହାପରେ ସେ ରାମ ଲକ୍ଷ୍ମଣ, ତୋ ଆଖି ମୋ ଆଇନା, ରଙ୍ଗ୍ ନମ୍ବର, ବାହୁଡ଼ିବେ ମୋ ଜଗା ବଳିଆ, ଓଃ ମାଇଁ ଲଭ୍, ଆଇ ଲଭ୍ ୟୁ, ଆଇ ଲଭ୍ ମାଇଁ ଇଣ୍ଡିଆ, ପ୍ରେମ ରୋଗୀ, ଜୟ ଜଗନ୍ନାଥ, ନନ୍ଦିନୀ ଆଇ ଲଭ୍ ୟୁ, ମିତରେ ମିତ, ମୁଁ କ'ଣ ଏତେ ଖରାପ, ସ୍ୱୟଂସିଦ୍ଧା, ପହିଲି ରଜ, ପ୍ରେମ ଅଢ଼େଇ ଅକ୍ଷର, ଦୋସ୍ତି, ଶପଥ, ଗୁଡ୍ ବୟ, ଲଭ୍ ମାଷ୍ଟର, ହରି ଓମ ହର, ଡାହା ବାଳୁଙ୍ଗା, ସୁନା ପିଲା ଟିକେ ସ୍କୃ ଢିଲା ଆଦି କଥାଚିତ୍ରରେ ଅଭିନୟ କରିଥିଲେ । ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ପିଣ୍ଟୁ ଓଡ଼ିଆ ଧାରାବାହିକ ଧାରାବାହିକ ଶଙ୍ଖା ସିନ୍ଦୂର ଆଦିରେ ଅଭିନୟ କରିଥିଲେ । ଏଥିସହ ସେ ଗୃହଲକ୍ଷ୍ମୀ ଭଳି କିଛି ଦୂରଦର୍ଶନ କାର୍ଯ୍ୟକ୍ରମର ଉପସ୍ଥାପକ ଭାବରେ କାର୍ଯ୍ୟ କରିଥିଲେ ।
′ନନ୍ଦିନୀ ଆଇ ଲଭ୍ ୟୁ, ୨୦୦୮ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଅନାମ ଚରଣ ସାହୁ । ଅନାମ ଏହି ଚଳଚ୍ଚିତ୍ର ଜରିଆରେ ପ୍ରଥମ ଥର ପାଇଁ ଓଡ଼ିଆ କଥାଚିତ୍ର ଜଗତରେ ପ୍ରଯୋଜନା ଆରମ୍ଭ କରିଥିଲ । ରଜନୀ ରଞ୍ଜନ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ଅଶୋକ ପତି ଏହି କଥାଚିତ୍ରଟିର କାହାଣୀ ଓ ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
π (ପାଇ) ସଂଖ୍ୟାଟି ହେଉଛି ଏକ ଗାଣିତିକ ସ୍ଥିରାଙ୍କ, ଏକ ବୃତ୍ତର ପରିଧି ସହ ବ୍ୟାସର ଅନୁପାତକୁ ବୁଝାଏ । ଏହାର ମୂଲ୍ୟ ପାଖାପାଖି ୩.୧୪୧୫୯ ଅଟେ । ଅଷ୍ଟାଦଶ ଶତାବ୍ଦୀର ମଧ୍ୟ ଭାଗରୁ ଏହାକୁ ଗ୍ରୀକ ଅକ୍ଷର π ସୁଚା ଯାଇଆସୁଅଛି, ଯଦିଓ ବେଳେବେଳେ ଏହାକୁ "ପାଇ" ( /paɪ/) ବୋଲି ଉଚ୍ଚାରଣ କରାଯାଇଥାଏ । ବୃତ୍ତର ଆକୃତି ଯେତେ ବଡ ବା ସାନ ହେଉପଛେ ଉଭୟ ଯୁକ୍ତିମୂଳକ ଓ ପରୀକ୍ଷାମୂଳକ ଭାବରେ ପ୍ରମାଣ କରାଯାଇଛି ଯେ, ଯେକୌଣସି ବୃତ୍ତର ସର୍ବଦା ପରିଧି/ବ୍ୟାସ = ଏକ ଧ୍ରୁବାଙ୍କ । ଏହି ଧୃବାଙ୍କକୁ ଗ୍ରୀକ୍ ଅକ୍ଷର ପାଇ ନାମରେ ଅବିହିତ କରାଯାଇଛି । ଏହା ହେଉଛି ପାଇର ଅସରନ୍ତି ଦଶମିକ ସଂଖ୍ୟା ୩.୧୪୧୫୯୨......
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨)ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ଵାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ପଦ୍ମପୁର (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ପଦ୍ମପୁର (କ୍ରମିକ ସଂଖ୍ୟା: ୧) ବରଗଡ଼ ଜିଲ୍ଲା ଅନ୍ତର୍ଗତ ବିଧାନ ସଭା ନିର୍ବାଚନ ମଣ୍ଡଳୀ । ୧୯୫୨ରୁ ୨୦୦୯ ମଧ୍ୟରେ ଗୋଟିଏ ଉପ ନିର୍ବାଚନକୁ ମିଶାଇ ମୋଟ ୧୪ଥର ନିର୍ବାଚନ ଅନୁଷ୍ଠିତ ହୋଇସାରିଛି । ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ବିଜୟ ରଞ୍ଜନ ସିଂ ବରିହା ତାଙ୍କର ନିକଟତମ କଂଗ୍ରେସ ପ୍ରାର୍ଥୀ ସତ୍ୟ ଭୂଷଣ ସାହୁଙ୍କୁ ୧୮ହଜାରରୁ ଉର୍ଦ୍ଧ୍ଵ ଭୋଟରେ ପରାସ୍ତ କରିଥିଲେ ।
ଭାରତରେ ପ୍ରଚଳିତ ଶାସ୍ତ୍ରୀୟ ନୃତ୍ୟମାନଙ୍କ ମଧ୍ୟରୁ ଓଡ଼ିଶୀ ନୃତ୍ୟ ଅନ୍ୟତମ । ଏହାର ପରମ୍ପରା ଅତି ପ୍ରାଚୀନ । ଖାରବେଳଙ୍କ ସମୟରେ ଖୋତିତ ରାଣୀଗୁମ୍ଫା,ସ୍ଵର୍ଗପୁରୀ ଓ ମଞ୍ଚପୁରୀ ଗୁମ୍ଫାର ଗାତ୍ରରେ ଦେଖିବାକୁ ମିଳୁଥିବା ନର୍ତ୍ତକୀମାନଙ୍କର ପ୍ରତିମା ତଥା ହାତୀଗୁମ୍ଫା ଅଭିଲେଖରେ ବର୍ଣ୍ଣିତ ନୃତ୍ୟ ଓଡ଼ିଶୀନୃତ୍ୟର ପ୍ରାଚୀନତା ପ୍ରତିପାଦନ କରେ । ଭରତଙ୍କ ନାଟ୍ୟଶାସ୍ତ୍ରରେ ଉଲ୍ଲିଖିତ କଳିଙ୍ଗ ନୃତ୍ୟ ଶୈଳୀ ଓଡ଼ିଶୀ ନୃତ୍ୟର ସ୍ଵାତନ୍ତ୍ରତା ପ୍ରମାଣିତ କରେ । ଭୁବନେଶ୍ଵରର ପର୍ଶୁରାମେଶ୍ଵର ମନ୍ଦିର,ବୈତାଳ ମନ୍ଦିର,ଶିଶିରେଶ୍ଵର ମନ୍ଦିର, ମାର୍କଣ୍ଡେଶ୍ଵର ମନ୍ଦିର,ମୁକ୍ତେଶ୍ଵର ମନ୍ଦିର, ରାଜରାଣୀ ମନ୍ଦିର,ଲିଙ୍ଗରାଜ ମନ୍ଦିର, ମେଘେଶ୍ଵର ମନ୍ଦିର ପ୍ରଭୃତି, ପୁରୀର ଜଗନ୍ନାଥ ମନ୍ଦିର ଏବଂ କୋଣାର୍କ ସୂର୍ଯ୍ୟମନ୍ଦିରର ବର୍ହିଭାଗରେ ଖୋଦିତ ନର୍ତ୍ତକୀ ଓ ନାୟିକାମାନଙ୍କର ଅଙ୍ଗଭଙ୍ଗୀ ଓ ମୁଦ୍ରାରୁ ଓଡ଼ିଶୀ ନୃତ୍ୟର ପରମ୍ପରା ସମୃଦ୍ଧ ହୋଇଥିବା ଜଣାଯାଏ । ପରବର୍ତ୍ତୀ କାଳରେ ଏହି ନୃତ୍ୟ ଦେବଦାସୀ ନୃତ୍ୟ (ମାହାରୀ) ଓ ଗୋଟିପୁଅମାନଙ୍କଦ୍ଵାରା ପରିବେଷିତ ହୋଇ ଆସୁଥିଲା । ଆମଦେଶ ସ୍ଵାଧୀନ ହେବା ପରେ ଏହି ନୃତ୍ୟ ପରମ୍ପରାର ପୁନରୁଦ୍ଧାର କରାଯାଇ ଓଡ଼ିଶୀ ନାମରେ ନାମିତ କରାଗଲା ଓ ଏହା ଶାସ୍ତ୍ରୀୟ ନୃତ୍ୟର ମର୍ଯ୍ୟାଦା ଲାଭ କଲା । ଏହି ଉଦ୍ୟମରେ ସାର୍ଥକତା ଲାଭକରିଥିବା ବ୍ୟକ୍ତିମାନକ ମଧ୍ୟରୁ କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକ, ନୃତ୍ୟଗୁରୁ ପଙ୍କଜଚରଣ ଦାସ, ଦେବପ୍ରସାଦ ଦାସ ଓ କେଳୁଚରଣ ମହାପାତ୍ର ଅନ୍ୟତମ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ସେ ଜଗତସିଂହପୁର ଜିଲ୍ଲାର ବାଲିକୁଦାଠାରେ ୨୧ ଜାନୁଆରୀ ୧୯୪୩ ମସିହାରେ ଜନ୍ମ ଗ୍ରହଣ କରିଥିଲେ । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଦେଶର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ଵୀକୃତି ଲାଭ କରିଥିଲା । ଶ୍ରୀମତୀ ରାୟ ତାଙ୍କର ଯାଜ୍ଞସେନୀ (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ । ପରବର୍ତ୍ତୀ ସମୟରେ ଏହା ସାତଟି ଭାଷାରେ ଅନୁବାଦିତ ହୋଇଥିଲା ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଭାରତୀୟ ସମ୍ବିଧାନର ମୁଖବନ୍ଧ ଓ ମୌଳିକ ବୈଶିଷ୍ଟ୍ୟ
ଭାରତୀୟ ସମ୍ବିଧାନର ବୈଶିଷ୍ଟ୍ୟ ବର୍ଣ୍ଣନା କଲାବେଳେ କେତେକ ପ୍ରଧାନ ବ୍ୟବସ୍ଥା ପ୍ରତି ଦୃଷ୍ଟିଦେବାକୁ ହୁଏ ।
ମକର ସଂକ୍ରାନ୍ତି ଏକ ସର୍ବ ଭାରତୀୟ ପର୍ବ । ଏହି ପର୍ବକୁ ସମସ୍ତେ ଉତ୍ସାହର ସହିତ ପାଳନ କରନ୍ତି । ଭାରତ ବାହାରେ ରୋମାନ ଓ ଇହୁଦୀମାନେ ମଧ୍ୟ ଏହିପର୍ବ ପାଳନ କରନ୍ତି । ଭାରତର ବିଭିନ୍ନ ଅଞ୍ଚଳ ଅପେକ୍ଷା ଦକ୍ଷିଣ ଭାରତରେ ଏହା ସବୁଠାରୁ ବଡ଼ ପର୍ବ । ଦକ୍ଷିଣରେ ଏହାକୁ ପୋଙ୍ଗଲ ବୋଲି କହନ୍ତି । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ମକର ରାଶିରେ ପ୍ରବେଶ କରିଥାନ୍ତି । ମକର ସଂକ୍ରାନ୍ତିକୁ ମାଘ ମାସର ପ୍ରଥମ ଦିନ ହିସାବରେ ଗ୍ରହଣ କରାଯାଏ । ସଂକ୍ରାନ୍ତି ହେଉଛି ସୂର୍ଯ୍ୟଙ୍କର ସଂକ୍ରମଣ ବା ଗୋଟିଏ ରାଶିରୁ ଅନ୍ୟ ରାଶିକୁ ଚଳନ କରିବାର ଦିନ । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ଧନୁ ରାଶିରୁ ମକର ରାଶିକୁ କ୍ରମଶଃ ଗମନ କରନ୍ତି । ଏହି ଦିନଠାରୁ ସୂର୍ଯଙ୍କର ଉତ୍ତରାୟଣ ଗତି ଆରମ୍ଭ ହୋଇଥାଏ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ଵବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ଵତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି । ତାଙ୍କର ଲେଖା ଗଭୀର ସତକଥା, ନାନା ଅସୁବିଧା ଭିତରେ ଲୁଚି ରହିଥିବା ଘଟଣା, ଏକାସାଙ୍ଗରେ ବ୍ୟଙ୍ଗ ଓ ଗଭୀର ଦର୍ଶନରେ ଭରା ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଉଇକିପିଡ଼ିଆ' (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା ୱେବକୁ ନେଇ ତିଆରି ମିଳିତ ବହୁଭାଷୀ ଜ୍ଞାନକୋଷ । ଏହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ପରିଚାଳିତ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର ଉଇକିଆଳିଙ୍କଦ୍ୱାରା ସମ୍ପାଦିତ । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦେଇ ବଦଳାଯାଇପାରିବ । ଉଇକିପିଡ଼ିଆ ୨୦୦୧ ମସିହାରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦେଇ ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ । ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯)
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯) ୨୦୧୫ରେ ପ୍ରକାଶିତ ଏକ ଓଡ଼ିଆ ବହି । ଏଥିରେ ୧୯୩୬ରୁ ୧୯୬୯ ଭିତରେ ମୁକ୍ତିଲାଭ କରିଥିବା ଓଡ଼ିଆ ସିନେମା ସଂଗୀତ ସଂକଳିତ । ଏହା ସାମ୍ବାଦିକ ଓ ଓଡ଼ିଆ ଚଳଚ୍ଚିତ୍ର ସଂରକ୍ଷକ ସୂର୍ଯ୍ୟ ଦେଓଙ୍କଦ୍ୱାରା ସଂକଳିତ । ଏଥିରେ ଚଳଚ୍ଚିତ୍ର ସମ୍ପୂର୍ଣ୍ଣ ସଙ୍ଗୀତ ସହ ସେସବୁର ବିବରଣୀ, ସଂଗୀତକାର ଓ ଗୀତିକାରଙ୍କ ସମ୍ବନ୍ଧରେ ସଂକ୍ଷିପ୍ତ ପରିଚୟ ଏବଂ ଚଳଚ୍ଚିତ୍ର ସଙ୍ଗୀତର ପରଦା ପଛର କାହାଣୀ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱର ସ୍ଥିତ ସୃଜନଦ୍ୱାରା ୨୦୧୫ ମସିହାରେ ମେ ୨୩ ତାରିଖରେ ପ୍ରଥମେ ପ୍ରକାଶିତ ହୋଇଥିଲା । ଏଥିରେ ମନୋଜ ଦାସ, ମାୟାଧର ମାନସିଂହ, ଗୋଦାବରୀଶ ମହାପାତ୍ର, କୃଷ୍ଣପ୍ରସାଦ ବସୁ ଆଦି ଓଡ଼ିଆ ଲେଖକଙ୍କ ରଚନା ସ୍ଥାନୀତ ହୋଇଥିବା ଗୀତ ରହିଛି ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଶ୍ରୀନିବାସ ରାମାନୁଜନ FRS ( pronunciation ) (୨୨ ଡିସେମ୍ବର ୧୯୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ ’ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ଵବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ଵବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ଵ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ଵାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା । ସେ ୧୮୨୭-୧୮୬୪ ମସିହା ଜାନୁଆରୀ ୨୩ ତାରଖି ପର୍ଯ୍ୟନ୍ତ ବିଦ୍ରୋହର ବହ୍ନିକୁ ପ୍ରଜ୍ଜ୍ୱଳତି କରି ରଖିଥିଲେ । ସୁରେନ୍ଦ୍ର ସାଏ ୧୮୨୭ରୁ ୧୮୪୦ ପର୍ଯ୍ୟନ୍ତ ୧୩ ବର୍ଷ ଓ ୧୮୫୭ରୁ ୧୮୬୪ ପର୍ଯ୍ୟନ୍ତ ୭ ବର୍ଷ ଏହିପରି ଦୁଇଟି ପର୍ଯ୍ୟାୟରେ ମୋଟରେ ୨୦ ବର୍ଷ ଇଂରେଜ ସରକାରଙ୍କ ବିରୁଦ୍ଧରେ ନିରବଚ୍ଛିନ୍ନ ଭାବରେ ଲଢ଼େଇ କରିଥିଲେ । ପ୍ରଥମ ପର୍ଯ୍ୟାୟରେ ଇଂରେଜମାନଙ୍କ ବିରୁଦ୍ଧରେ ତାଙ୍କର ସଂଗ୍ରାମ ୧୮୨୭-୧୮୪୦ ମସିହା ପର୍ଯ୍ୟନ୍ତ ବିକ୍ଷିପ୍ତ ଏବଂ ସୀମିତ ଥିଲା । କିନ୍ତୁ ଦ୍ୱିତୀୟ ପର୍ଯ୍ୟାୟରେ ଏହା ଅଧିକ ସୁସଙ୍ଗଠିତ, ସୁସଂହତ ତଥା ବୀରତ୍ୱପୂର୍ଣ୍ଣ ଥିଲା । ତାଙ୍କର ଅଦ୍ଭୁତ ସଂଗଠନ ଶକ୍ତି, ଅସୀମ ପରାକ୍ରମ, ଅସାଧାରଣ ରଣକୌଶଳ ବ୍ରିଟିଶ୍ ଶାସକ ଓ ସୈନ୍ୟବାହିନୀକୁ ଆଶ୍ଚର୍ଯ୍ୟାନ୍ୱିତ କରିଥିଲା ।
ପାଇରିମେଥାମିନ (ଇଂରାଜୀରେ Pyrimethamine), ଏକ ବିକ୍ରୟ ନାମ ଡାରାପ୍ରିମ (Daraprim), ଏକ ଔଷଧ ଯାହା ଟକ୍ସୋପ୍ଲାଜମୋସିସ (toxoplasmosis) ଓ ସିସ୍ଟୋଆଇସୋସ୍ପୋରିଆସିସ (cystoisosporiasis) ରୋଗମାନଙ୍କରେ ଲିଉକୋଭୋରିନ (leucovorin) ସହ ଦିଆଯାଏ । ଦ୍ୱତୀୟ ଧାଡ଼ିର ପ୍ରତିଷେଧ ରୂପେ ନିମୋସିସ୍ଟାଇଟିସ ଜିରୋଭେସି ନିମୋନିଆ (Pneumocystis jiroveci pneumonia ବା PCP) ରୋଗ ଭୋଗୁଥିବା ଏଚଆଇଭି/ଏଡସ ରୋଗଗ୍ରସ୍ତ ଲୋକଙ୍କୁ ଡାପସୋନ (dapsone) ଔଷଧ ସହିତ ଏହା ଦିଆଯାଏ । ଅତୀତରେ ଏହା ମ୍ୟାଲେରିଆ ରୋଗୀଙ୍କୁ ଦିଆଯାଉଥିଲା, କିନ୍ତୁ ଏହାର ପ୍ରତିରୋଧ ଯୋଗୁ ଅଧୁନା ଏହା ଦିଆଯାଉନାହିଁ । ପାଇରିମେଥାମିନ ପାଟିରେ ଦିଆଯାଏ ।
ବରାହମିହିର (ସନ ୫୦୫- ସନ ୫୮୭) ହେଉଛନ୍ତି ଜଣେ ମହାନ୍ ଭାରତୀୟ ଗଣିତଜ୍ଞ, ଜ୍ୟୋତିର୍ବିଦ ଓ ଖଗୋଳ ବିଜ୍ଞାନୀ। ସେ କେବଳ ବରାହ ବା ମିହିର ଭାବେ ମଧ୍ୟ ପରିଚିତ। ତାଙ୍କର ଜନ୍ମ ଉଜ୍ଜୟିନୀରେ ହୋଇଥିଲା ।ପିତା ଆଦିତ୍ୟଦାସଙ୍କ ଠାରୁ ପାରମ୍ପାରିକ ଗଣିତ ଏବଂ ଜ୍ୟୋତିଷ ଶାସ୍ତ୍ର ଅଧ୍ୟୟନ କରି ସେଥିରେ ଅନେକ ସଂସ୍କାର ଆଣିଥିଲେ। ଗୁପ୍ତ ସାମ୍ରାଜ୍ୟର ବିକ୍ରମାଦିତ୍ୟ(ଚନ୍ଦ୍ରଗୁପ୍ତ-୨ୟ)ଙ୍କ ରାଜସଭାରେ ସେ ନବରତ୍ନଙ୍କ ମଧ୍ୟରେ ସ୍ଥାନ ପାଇଥିଲେ।
ଗୋଟିଏ ସ୍ଵାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ଵାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ଵ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ଦେବଦତ୍ତ ପଟ୍ଟନାୟକ(୧୧ ଡିସେମ୍ବର ୧୯୭୦ରେ ଜନ୍ମିତ) ଜଣେ ଡାକ୍ତର, ନେତୃତ୍ଵ ପରାମର୍ଶଦାତା ଓ ଲେଖକ । ତାଙ୍କର ରଚନାବଳୀ ମୁଖ୍ୟତଃ ପୁରାଣ, କିମ୍ବଦନ୍ତୀ ଓ ମ୍ୟାନେଜମେଣ୍ଟ ପୃଷ୍ଟଭୂମୀ ଉପରେ ପର୍ଯ୍ୟବେସିତ । ସେ ଭାରତର ସର୍ବବୃହତ ରିଟେଲ କମ୍ପାନୀ "ଫ୍ୟୁଚର ଗ୍ରୁପ"ର ଚିଫ୍ ବିଲିଫ୍ ଅଫିସର ଭାବରେ କାର୍ଯ୍ୟ କରିଛନ୍ତି । "ମିଡ଼ ଡେ" ଖବରକାଗଜରେ ସେ ଜଣେ ନିୟମିତ ସ୍ଥମ୍ଭକାର ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
ବଳଦେବ ରଥ (୧୭୮୯ - ୧୮୪୫) ଗଞ୍ଜାମ ଜିଲ୍ଲାର ଜଣେ ଓଡ଼ିଆ ରୀତି ଯୁଗର କବି । ସେ କବିସୂର୍ଯ୍ୟ ଭାବେ ପରିଚିତ । ଏକାଧାରରେ ଜଣେ କବି ଓ ସଙ୍ଗୀତକାର ଭାବରେ କବିତା, ଚମ୍ପୂ ଆଦିର ରଚନା କରି ସ୍ଵରସଂଯୋଜନା କରିଥିଲେ । ଗଞ୍ଜାମ ଜିଲ୍ଲାର ଢୁମ୍ପା ସଙ୍ଗୀତକୁ କବିସୂର୍ଯ୍ୟ ଆରମ୍ଭ କରିଥିଲେ ଓ ଗୀତ ରଚନା କରିଥିଲେ । ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଚନ୍ଦ୍ରଶେଖର ରଥ (ଜନ୍ମ ୧୭ ଅକ୍ଟୋବର ୧୯୨୯) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ଜଣାଶୁଣା ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି। ଚନ୍ଦ୍ରଶେଖର ରଥ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନିତ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
କ୍ୟୁ.ଆର.କୋଡ଼ (QR code: Quick Response Code) ମାଟ୍ରିକ୍ସ ବାରକୋଡ଼ ନିମନ୍ତେ ଏକ ଟ୍ରେଡ ମାର୍କ ଯାହା ଜାପାନରେ ପ୍ରଥମେ ଅଟୋମୋଟିଭ ଇଣ୍ଡସ୍ଟ୍ରି ନିମନ୍ତେ ଡିଜାଇନ କରାଯାଇଥିଲା । ଏହା ମେସିନ ପଢ଼ିପାରିବା ଭଳି ଏକ ଅପ୍ଟିକାଲ ଲେବେଲ ଯେଉଁଥିରେ କୌଣସି ନିର୍ଦ୍ଦିଷ୍ଟ ବିଷୟର ବିବରଣୀ ଥାଏ ଯାହା ସହ ଏହା ସଂଯୁକ୍ତ ଥାଏ । ଏହି କୋଡ଼ ଚାରି ପ୍ରକାର (ନ୍ୟୁମେରିକ, ଆଲଫାନ୍ୟୁମେରିକ, ବାଇଟ/ବାଇନାରି ଓ କାଞ୍ଜି) ସ୍ଟାଣ୍ଡାର୍ଡ ଏନକୋଡିଙ୍ଗ ମୋଡଦ୍ୱାରା ଡାଟା ଷ୍ଟୋର କରିବାକୁ ବ୍ୟବହାର କରେ ।
ଗୋକୁଳାନନ୍ଦ ମହାପାତ୍ର (୨୪ ମଇ ୧୯୨୨ - ୧୦ ଜୁଲାଇ, ୨୦୧୩) ଜଣେ ଜଣାଶୁଣା ଓଡ଼ିଆ ବୈଜ୍ଞାନିକ ଓ ବିଜ୍ଞାନ ଲେଖକ ୧୯୨୨ ମସିହା ମଇ ୨୪ ତାରିଖରେ ଭଦ୍ରକ ସହର ଅନ୍ତର୍ଗତ କୁଆଁସଠାରେ ସେ ଜନ୍ମଗ୍ରହଣ କରିଥିବା ଡଃ. ମହାପାତ୍ର ନିଜ ଗାଁ ସ୍କୁଲରୁ ପ୍ରାଥମିକ ଶିକ୍ଷା, ନାରାୟଣ ଚନ୍ଦ୍ର ଓ ଭଦ୍ରକ ହାଇସ୍କୁଲରୁ ମ୍ୟାଟ୍ରିକ ପାସ କରିବା ପରେ ରେଭେନ୍ଶା କଲେଜରୁ ରସାୟନ ବିଜ୍ଞାନରେ ଅନର୍ସ ସହିତ ବି.ଏସ୍ସି. ଏବଂ କଲିକତାର ପ୍ରେସିଡେନ୍ସି କଲେଜରୁ ଏମ୍.ଏସ୍ସି ପାସ କରିଥିଲେ । ଉଚ୍ଚଶିକ୍ଷା କ୍ଷେତ୍ରରେ ତାଙ୍କ ଶ୍ଵଶୁର ଭଦ୍ରକ ଜିଲ୍ଲାର ଭୂୟାଁୱ୍ୟାସର ଜମିଦାର ସ୍ଵର୍ଗତଃ ବିନୋଦ ବିହାରୀ ରାୟଙ୍କ ସାହାଯ୍ୟ ଉଲ୍ଲେଖନୀୟ । ୧୯୫୮ ମସିହାରେ ସେ ପି.ଏଚ୍ଡି.
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ଵରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣୀ ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।
ପ୍ରବହମାନ ଜଳର ଯାନ୍ତ୍ରିକ ଶକ୍ତି ବା ଗଚ୍ଛିତ ଜଳର ସ୍ଥିତିଜ ଶକ୍ତି ବିଦ୍ୟୁତ୍ ଶକ୍ତିରେ ରୂପାନ୍ତରିତ ହେଲେ ତାହାକୁ ଜଳ ବିଦ୍ୟୁତ୍ କୁହାଯାଏ । ଏକ ଆକଳନ ଅନୁସାରେ ୨୦୧୫ରେ ବିଶ୍ଵରେ ଉତ୍ପାଦିତ ସମସ୍ତ ବିଦ୍ୟୁତ୍ ଶକ୍ତିର ପ୍ରାୟ ୧୬.୬% ଏବଂ ନବୀକରଣୀୟ ଉତ୍ସରୁ ଜାତ ବିଦ୍ୟୁତ୍ ଶକ୍ତିର ପ୍ରାୟ ୭୦% ଅଂଶ ଜଳ ବିଦ୍ୟୁତରୁ ମିଳିଥାଏ । ଏହି ପରିମାଣ ପ୍ରତି ବର୍ଷ ହାରାହାରି ୩.୧% ହିସାବରେ ଏହା ଆଗାମୀ ୨୫ ବର୍ଷ ପର୍ଯ୍ୟନ୍ତ ବୃଦ୍ଧି ପାଇବ ବୋଲି ଅନୁମାନ କରାଯାଉଛି । ୨୦୧୩ର ଏକ ଗଣନା ଅନୁସାରେ ବିଶ୍ଵର ପ୍ରାୟ ୧୫୦ଟି ଦେଶରେ ଜଳ ବିଦ୍ୟୁତ୍ ଉତ୍ପାଦନ କରାଯାଏ । ସମଗ୍ର ଜଳ ବିଦ୍ୟୁତର ପ୍ରାୟ ୩୩% ଏସିଆର ପ୍ରଶାନ୍ତ ମହାସାଗର ତଟବର୍ତ୍ତୀ ଦେଶମାନଙ୍କରୁ ମିଳେ । ତନ୍ମଧ୍ୟରୁ ଜଳ-ବିଦ୍ୟୁତ୍ ଉତ୍ପାଦନରେ ଚୀନ୍ ପ୍ରଥମ ।