ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ଵର ବିଭିନ୍ନ ସ୍ଥାନରୁ ସ୍ଵେଚ୍ଛାସେବକ ମାନଙ୍କ ଅବଦାନଦ୍ଵାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ଵର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ବରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ଵାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ବାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ଵର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ଵଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ବିଦ୍ୟୁତପ୍ରଭା ଦେବୀଙ୍କୁ, ଓଡ଼ିଆ ଭାଷାର ଶ୍ରେଷ୍ଠ ମହିଳା କବିମାନଙ୍କ ମଧ୍ୟରେ ପରିଗଣନା କରାଯାଏ । ନିଜ କାବ୍ୟ ସଙ୍କଳନ 'ସଞ୍ଚୟନ' ପାଇଁ, ସେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଲାଭ କରିଛନ୍ତି ।ରେଭେନ୍ସା ବାଳିକା ବିଦ୍ୟାଳୟରେ ମାତ୍ର ନବମ ଶ୍ରେଣୀ ଯାଏଁ ପଢିଥିବା ବିଦ୍ଯୁତପ୍ରଭା ଆପେ ଆପେ ଇଂରାଜୀ, ବଙ୍ଗଳା ଭାଷା,ବ୍ୟାକରଣ ତଥା କବିତା ରଚନାର ବିଭିନ୍ନ ବିଭବ ଶିକ୍ଷାକରିଥିଲେ । ନିଜ ପିତାଙ୍କ ବନ୍ଧୁ କୃଷ୍ଣଚନ୍ଦ୍ର କର, ରାଧାମୋହନ ଗଡ଼ନାୟକ ଓ ମାୟାଧର ମାନସିଂହ ଆଦିଙ୍କଦ୍ଵାରା ପ୍ରଭାବିତ ହୋଇ ୧୯୪୦ ମସିହାରୁ କବିତା ଲେଖିବା ଆରମ୍ଭ କରିଥିଲେ । ନିଜ ବଡ଼ ଭଉଣୀ ବାସନ୍ତି ଦେବୀଙ୍କ ସହ ମିଶି ୧୯୪୯ ମସିହାରେ 'ସବିତା' ନାମରେ ନିଜର ପ୍ରଥମ କାବ୍ୟ ସଙ୍କଳନ ପ୍ରକାଶ କରିଥିଲେ । ବିବାହ ପରେ, ତାଙ୍କ ସ୍ଵାମୀ ପଞ୍ଚାନନ ମହାନ୍ତି ତାଙ୍କୁ ଏ ଦିଗରେ ଉତ୍ସାହିତ କରିଥିଲେ ଏବଂ ତାଙ୍କର କବିତା ରଚନା ଅନବରତ ଚାଲିରହିଥିଲା । ୧୯୫୨ ମସିହାରେ ମାତୃତ୍ଵ ଲାଭ କରିବା ପରେ, ବିଦ୍ୟୁତପ୍ରଭା ଶିଶୁମାନଙ୍କ ପାଇଁ ଲେଖିବା ଆରମ୍ଭ କଲେ ଏବଂ ଖୁବ ଲୋକପ୍ରିୟ ହୋଇପାରିଥିଲେ ଓ ବହୁବାର ପୁରସ୍କୃତ ହୋଇଥିଲେ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ଵାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ବରାହମିହିର (ସନ ୫୦୫- ସନ ୫୮୭) ହେଉଛନ୍ତି ଜଣେ ମହାନ୍ ଭାରତୀୟ ଗଣିତଜ୍ଞ, ଜ୍ୟୋତିର୍ବିଦ ଓ ଖଗୋଳ ବିଜ୍ଞାନୀ। ସେ କେବଳ ବରାହ ବା ମିହିର ଭାବେ ମଧ୍ୟ ପରିଚିତ। ତାଙ୍କର ଜନ୍ମ ଉଜ୍ଜୟିନୀରେ ହୋଇଥିଲା ।ପିତା ଆଦିତ୍ୟଦାସଙ୍କ ଠାରୁ ପାରମ୍ପାରିକ ଗଣିତ ଏବଂ ଜ୍ୟୋତିଷ ଶାସ୍ତ୍ର ଅଧ୍ୟୟନ କରି ସେଥିରେ ଅନେକ ସଂସ୍କାର ଆଣିଥିଲେ। ଗୁପ୍ତ ସାମ୍ରାଜ୍ୟର ବିକ୍ରମାଦିତ୍ୟ(ଚନ୍ଦ୍ରଗୁପ୍ତ-୨ୟ)ଙ୍କ ରାଜସଭାରେ ସେ ନବରତ୍ନଙ୍କ ମଧ୍ୟରେ ସ୍ଥାନ ପାଇଥିଲେ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ଟେନିସ ଏଲବୋ (ଇଂରାଜୀ ଭାଷାରେ Tennis elbow, ଅନ୍ୟ ନାମ ଲାଟରାଲ ଏପିକଣ୍ଡାଇଲାଇଟସ/ lateral epicondylitis) ଏକ ରୋଗ ଯେଉଁଥିରେ କହୁଣିର (elbow) ବାହାର ପାଖରେ ଯନ୍ତ୍ରଣା ହୁଏ ଓ ଦରଜ ହୋଇଯାଏ । ଏହି ଯନ୍ତ୍ରଣା ଅଗ୍ରବାହୁର (forearm) ପଛ ପାଖ ପର୍ଯ୍ୟନ୍ତ ମାଡ଼ିଯାଇପାରେ ଓ ମୁଠାକରିବା ଶକ୍ତି (grip strength) କମିଯାଏ । ରୋଗ ବହୁତ ଧୀରେ ଧୀରେ ଅଗ୍ରଗତି କରେ । ଏହିଭଳି ରୋଗ କହୁଣିର ଭିତର ପାଖରେ (inside of the elbow) ହେଲେ ତାହାକୁ ଗଲ୍ଫର ଏଲବୋ (Golfer's elbow) କୁହାଯାଏ ।ଅଗ୍ରବାହୁର ପଛ ପାଖର ମାଂସପେଶୀ (back of the forearm) ଅତ୍ୟଧିକ ବ୍ୟବହୃତ ହେଲେ ହୁଏ । ବିଭିନ୍ନ ପ୍ରକାର କାମ, ଖେଳରେ ଏହିଭଳି ରୋଗ ହୁଏ ବିଶେଷତଃ ରାକେଟ ଖେଳରେ (racquet sports) ଅଧିକ ହୁଏ ଯେପରିକି ବାଡମିଣ୍ଟନ ବା ଟେନିସ ଖେଳ । ଲକ୍ଷଣ ଓ ଆବଶ୍ୟକ ସ୍ଥଳେ ମେଡିକାଲ ଇମେଜିଙ୍ଗ (medical imaging) କରି ରୋଗ ନିର୍ଣ୍ଣୟ କରାଯାଏ ଓ ଅନ୍ୟନ୍ୟ ସମ୍ଭାବ୍ୟ ରୋଗ ଦୂର କରାଯାଏ । ଏକ ନିର୍ଣ୍ଣୟାତ୍ମକ ପରୀକ୍ଷା: କହୁଣିକୁ ୯୦୦ରେ ରଖି କଚଟିକୁ ଡର୍ସିଫ୍ଲେକ୍ସ (bend back) କଲେ (ପଛପାଖକୁ ବୁଲେଇବାକୁ ଚେଷ୍ଟା କଲେ) କହୁଣିରେ ଯନ୍ତ୍ରଣା ହୁଏ । ଏହି ରୋଗକୁ ଟେଣ୍ଡିନୋସିସ (tendinosis) ଦଳର ଅନ୍ତର୍ଭୁକ୍ତ କରାଯାଏ, ଟେଣ୍ଡିନାଇଟିସ (tendinitis) ନୁହେଁ । ରୋଗ ଉଦ୍ରେକକାରୀ କାମ କମ୍ କରିବା ସହିତ ଫିଜିଓଥେରାପି (physical therapy ସାହାଯ୍ୟରେ ଚିକିତ୍ସା କରାଯାଏ । ଯନ୍ତ୍ରଣା ଉପଶମ ନିମନ୍ତେ ଏନଏସଏଆଇଡି (NSAIDS) ବା ଆସେଟାମିନୋଫେନ ଦିଆଯାଏ । ଅଗ୍ରବାହୁର ଉପରଭାଗରେ ବ୍ରେସ ବାନ୍ଧିଲେ ଉପକାର ମିଳେ । ଉପକାର ନମିଳିଲେ କର୍ଟିକୋସ୍ଟିରଏଡ (corticosteroid) ଇଞ୍ଜେକସନ ଦିଅଯାଇପାରେ । ଏକ ମାସରୁ ୨ ବର୍ଷ ମଧ୍ୟରେ ଅଧିକାଂଶ ରୋଗୀଙ୍କର ଉପଶମ ହୁଏ । ପ୍ରାୟ ୨% ଲୋକଙ୍କର ଏହି ରୋଗ ହୁଏ । ୩୦ରୁ ୫୦ ବର୍ଷ ବୟସ୍କ ଲୋକଙ୍କର ସାଧାରଣତଃ ଏହି ରୋଗ ହୁଏ । ସନ ୧୮୭୩ରେ ଏହି ରୋଗ ପ୍ରଥମେ ବର୍ଣ୍ଣନା କରାଯାଇଥିଲା । ସନ ୧୮୮୨ରେ ପ୍ରଥମେ ଏହାର ନାମ ଲନ ଟେନିସ ଏଲବୋ ("lawn tennis elbow") ଦିଆଯାଇଥିଲା ।
ଯୀଶୁ ଖ୍ରୀଷ୍ଟଙ୍କ ଜନ୍ମଦିନ ରୂପେ ବଡ଼ଦିନକୁ (ଈଂରାଜୀରେ Christmas, ଉଚ୍ଚାରଣ – କ୍ରିସ୍ମସ୍) ଖ୍ରୀଷ୍ଟ ଧର୍ମାବଲମ୍ଵୀମାନେ ବଡ଼ ଧୁମ୍ଧାମ୍ର ସହିତ ପ୍ରତିବର୍ଷ ଡିସେମ୍ଵର ୨୫ ତାରିଖ ଦିନ ପାଳନ କରିଥାନ୍ତି । ଖ୍ରୀଷ୍ଟୀୟ ପାଞ୍ଜି ବା ଗୀର୍ଜାର କ୍ୟାଲେଣ୍ଡର୍ ଅନୁସାରେ ଖ୍ରୀଷ୍ଟ ଜନ୍ମର କିଛି ଦିନ ପୂର୍ବରୁ ଉପବାସ ଓ ନିଷ୍ଠା ପୂର୍ବକ ପୂଜାପାଠ ଆରମ୍ଭ ହୋଇ ବଡ଼ଦିନ ଉତ୍ସବର ଆରମ୍ଭ ହୋଇଥାଏ ଏବଂ ତାହା ଦ୍ଵାଦଶ ଦିନରେ ସରି ଏକ ଉତ୍ସବ ପରି ପାଳିତ ହୁଏ । କିଛି ଦେଶର ସ୍ଥାନୀୟ ସଂସ୍କୃତି ଅନୁସାରେ ଏହି ଉତ୍ସବ ଆଠ ଦିନ ଧରି ମଧ୍ୟ ପାଳିତ ହୁଏ । ଖ୍ରୀଷ୍ଟ ଧର୍ମାବଲମ୍ଵୀ ବା ଅନେକ ଦେଶରେ ଅଣ-ଖ୍ରୀଷ୍ଟୀୟ ଜନସମୂହଙ୍କର ମୁଖ୍ୟ ପର୍ବ ହୋଇଥିବାରୁ ଭାରତ ସମେତ ଅନେକ ଦେଶରେ ବଡ଼ଦିନକୁ ଏକ ସରକାରୀ ଛୁଟିଦିନ ରୂପେ ଘୋଷିତ କରାଯାଇଛି ।ବାଇବେଲ୍ର “ନ୍ୟୁ ଟେଷ୍ଟାମେଣ୍ଟ୍” (ନୂତନ ନିୟମାବଳୀ) ଅନୁସାରେ ବେଥ୍ଲେହେମ୍ଠାରେ ଯୀଶୁଙ୍କ ଜନ୍ମ ଗ୍ରହଣର ବୃତ୍ତାନ୍ତ ବଡ଼ଦିନ ଉତ୍ସବର ପାରମ୍ପରିକ ମୂଳଦୁଆ । ସନ୍ଥ ଜୋସେଫ୍ ଓ ମାତା ମେରି (ମରିୟମ୍) ବେଥ୍ଲେହେମ୍ ସହରରେ ପହଞ୍ଚି ଜାଣିବାକୁ ପାଇଥିଲେ ଯେ ସେମାନଙ୍କ ରହିବା ପାଇଁ କୌଣସି ପାନ୍ଥନିବାସ ନାହିଁ । ତେଣୁ ଏକ ମେଣ୍ଢାଶାଳରେ ମାତା ମେରିଙ୍କୁ ରହିବାକୁ ପଡ଼ିଥିଲା ଓ ସେଠାରେ ସେ ଯୀଶୁଙ୍କୁ ଜନ୍ମଦାନ କରିଥିଲେ । ଦେବଦୂତ (angels) ଓ ମେଷପାଳକମାନେ ମିଶି ଏହି ଶୁଭ ମୁହୂର୍ତ୍ତ ବିଷୟରେ ସଭିଙ୍କୁ ଜଣାଇଲେ ଓ ଯୀଶୁ ଜନ୍ମ ନେବା କଥା ପ୍ରଚାରିତ ହୋଇଗଲା ।ଯୀଶୁଙ୍କ ପ୍ରକୃତ ଜନ୍ମ ତାରିଖ ଓ ମାସ ସମସ୍ତଙ୍କୁ ଅଜ୍ଞାତ, କିନ୍ତୁ ଚତୁର୍ଥ ଶତାବ୍ଦୀର ପ୍ରଥମାର୍ଦ୍ଧରେ “ୱେଷ୍ଟର୍ଣ୍ଣ୍ ଖ୍ରୀଷ୍ଟିୟାନ୍ ଚର୍ଚ୍ଚ୍” (ପାଶ୍ଚାତ୍ୟ ଦେଶମାନଙ୍କ ପ୍ରମୁଖ ଗୀର୍ଜାଘରମାନେ) ଡିସେମ୍ଵର ୨୫ ତାରିଖକୁ ଖ୍ରୀଷ୍ଟଙ୍କ ଜନ୍ମ ବୋଲି ଅଭିହିତ କଲେ ଓ ପ୍ରାଚ୍ୟ ଦେଶମାନଙ୍କରେ ମଧ୍ୟ ଏହି ପ୍ରଥା ପ୍ରଚଳିତ ହେଲା । ବର୍ତ୍ତମାନ ସମୟରେ ଗ୍ରେଗୋରିଆନ୍ ପାଞ୍ଜି ବା କ୍ୟାଲେଣ୍ଡର୍ ଓ ଅଧିକାଂଶ ଦେଶର ସରକାରୀ କ୍ୟାଲେଣ୍ଡର୍ ଡିସେମ୍ଵର ୨୫କୁ ବଡ଼ଦିନ ବୋଲି ଘୋଷଣା କରିଛନ୍ତି । କେତେକ ପ୍ରାଚ୍ୟ ଦେଶରେ ଅନୁସୃତ ଜୁଲିଆନ୍ ପାଞ୍ଜି ବା କ୍ୟାଲେଣ୍ଡର୍ର ଡିସେମ୍ଵର ୨୫ ତାରିଖ (ଯାହା ଗ୍ରେଗୋରିଆନ୍ ପାଞ୍ଜି ଅନୁସାରେ ଜାନୁଆରୀ ୭ ତାରିଖ) ଦିନ ବଡ଼ଦିନ ପାଳିତ ହୋଇଥାଏ । ଜୁଲିଆନ୍ ପାଞ୍ଜିର ବଡ଼ଦିନ ଗ୍ରେଗୋରିଆନ୍ ପାଞ୍ଜିର ଏପିଫ୍ୟାନି ବା ପ୍ରଭୁପ୍ରକାଶ ପର୍ବ (ଜାନୁଆରୀ ୬ ତାରିଖ)ର ପରବର୍ତ୍ତୀ ଦିନ ପଡ଼ିଥାଏ । ଖ୍ରୀଷ୍ଟ ଧର୍ମାବଲମ୍ଵୀ ଏହାକୁ ଏକ ବିବାଦ ନୁହେଁ ବରଂ ପାଞ୍ଜି ଅନୁସରଣ କରିବାର ଏକ ଭିନ୍ନ ଦିଗ ଭାବେ ପରିଗଣିତ କରିଥାନ୍ତି । ଅନ୍ୟ ଏକ ଦୃଷ୍ଟିଭଙ୍ଗୀ ଅନୁସାରେ ଜଗତର ପାପମୋଚନ କରିବା ପାଇଁ ଭଗବାନ ଯୀଶୁ ଅବତାର ରୂପେ ପୃଥିବୀପୃଷ୍ଠରେ ଅବତରଣ କରିଥିବାର ବେଳା ବା ଘଟଣାକୁ ପାଳନ କରାଯିବା ଏହି ଉତ୍ସବର ମୂଳ ଲକ୍ଷ୍ୟ ଏବଂ ନିର୍ଦ୍ଦିଷ୍ଟ କେଉଁ ଦିନ ଏହି ସବୁ ଘଟଣା ଘଟିଥିଲା ତାହା ନିମିତ୍ତ ମାତ୍ର ।ବଡ଼ଦିନ ପାଳନର ପରମ୍ପରାରେ ଖ୍ରୀଷ୍ଟୀୟ ଧାର୍ମିକ ପ୍ରଥା, ଖ୍ରୀଷ୍ଟପୂର୍ବ ସମୟର କିଛି ଧାର୍ମିକ ପ୍ରଥା ଓ ଅନ୍ୟ କେତେକ ଉଦାରପନ୍ଥୀ ଧାର୍ମିକ ପ୍ରଥା ସମ୍ମିଶ୍ରିତ ହୋଇ ରହିଛି । ଆଧୁନିକ ଯୁଗରେ ବଡ଼ଦିନ ପାଳନ ସମୟରେ ଉପହାର ଦେଣନେଣ, ଆଗମନ କ୍ୟାଲେଣ୍ଡର୍ର (Advent calendar) ଦିନ ଗଣିବା, ବଡ଼ଦିନର ସଙ୍ଗୀତ ଓ ପ୍ରାର୍ଥନା, ବଡ଼ଦିନ ଗଛ, ଘରକୁ ଆଲୋକମାଳାରେ ସଜ୍ଜିତ କରିବା, ଗୀର୍ଜା ଘର ତରଫରୁ ସମାଜର ଉନ୍ନତିମୂଳକ କାର୍ଯ୍ୟରେ ଯୋଗଦାନ ଦେବା, ବଡ଼ଦିନ କାର୍ଡ୍ ଦେବାନେବା, କଣ୍ଢେଇ ମାଧ୍ୟମରେ ଯୀଶୁଙ୍କ ଜନ୍ମବୃତ୍ତାନ୍ତ ଦର୍ଶାଇବା ପରି ବିଭିନ୍ନ ପ୍ରଥା ପ୍ରଚଳିତ ହୁଏ । ବଡ଼ଦିନ ସମ୍ପର୍କିତ କିଛି ସ୍ଥାନୀୟ ଲୋକକଥା ଓ ପରମ୍ପରା ମଧ୍ୟ ରହିଛି । ସନ୍ଥ ନିକୋଲାସ୍ ବା "ସାଣ୍ଟା କ୍ଲସ୍" (ଈଂରାଜୀରେ Santa Claus) ଛୋଟ ପିଲାଙ୍କ ପାଇଁ ଉପହାର ଆଣିଦେବା ସେମାନଙ୍କୁ ଉତ୍ସାହିତ ଓ ଆନନ୍ଦିତ କରିଥାଏ । ଉପହାର ଓ ଅନ୍ୟାନ୍ୟ ସାମଗ୍ରୀ କିଣାବିକା ଯୋଗୁଁ ବଡ଼ଦିନ ସମୟଟି ବ୍ୟାପାର ପାଇଁ ଉତ୍କୃଷ୍ଟ ସମୟ ଓ ଗତ କିଛି ଶତାବ୍ଦୀରେ ବିଶ୍ଵର ବିଭିନ୍ନ ସ୍ଥାନରେ ବଡ଼ଦିନ ସମୟରେ ଏହି ବ୍ୟାପାର କ୍ରମଶଃ ବୃଦ୍ଧି ପାଇବାରେ ଲାଗିଛି ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ଗୁଜରାଟୀ ( /ˌɡʊdʒəˈrɑːti/; ગુજરાતી gujarātī [ɡudʒəˈɾɑːti]) ଏକ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତୀୟ ରାଜ୍ୟ ଗୁଜରାଟର ଅଧିବାସୀ ଏବଂ ପ୍ରଧାନତଃ ଗୁଜରାଟୀ ଭାଷାଭାଷୀଙ୍କ ଦ୍ବାରା କଥିତ । ଗୁଜରାଟୀ ବୃହତ୍ତର ଇଣ୍ଡୋ-ଇଉରୋପୀୟ ଭାଷା ପରିଗୋଷ୍ଠୀର ଅଂଶ । ଗୁଜରାଟୀ ପୁରୁଣା ଗୁଜରାଟୀରୁ ସୃଷ୍ଟିହୋଇଛି (ପ୍ରାୟ ୧୧୦୦-୧୫୦୦ ଖ୍ରୀ) । ଭାରତରେ ଏହା ଗୁଜରାଟର ସରକାରୀ ଭାଷା ଓ ଡାମନ ଓ ଡିଉ ଓ ଦାଦ୍ରା ଓ ନଗର ହବେଳୀର କେନ୍ଦ୍ରଶାସିତ ଅଞ୍ଚଳର ସରକାରୀ ଭାଷା । ୨୦୧୧ ଜନଗଣନା ଅନୁସାରେ ଗୁଜରାଟୀ ଭାରତରେ ମୋଟ ଜନସଂଖ୍ୟାର ୬ଷ୍ଠ ସର୍ବାଧିକ କଥିତ ଭାଷା ଓ ଏହା ୫୫.୫ ମିଲିଅନ (୫.୫ କୋଟି) ଭାଷାଭାଷୀଙ୍କ ଦ୍ବାରା କଥିତ ଯାହା ଭାରତର ମୋଟ ଜନସଂଖ୍ୟାର ପ୍ରାୟ ୪.୫% । ୨୦୦୭ ମସିହାର ଗଣନା ଅନୁସାରେ ଏହା ସ୍ଥାନୀୟ ଭାଷାଭାଷୀଙ୍କ ସଂଖ୍ୟା ଭିତ୍ତିରେ ବିଶ୍ବର ୨୬ ତମ ସର୍ବାଧିକ କଥିତ ଭାଷା ।
ପୁରୁଷ ହକି ବିଶ୍ୱକପର ୧୪ତମ ସଂସ୍କରଣ ଭୁବନେଶ୍ୱରରେ ସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଟିତ ହେଉଛି । ଏହି ପ୍ରତିଯୋଗିତା ୨୮ ନଭେମ୍ବରରୁ ୧୬ ଡିସେମ୍ବର ୨୦୧୮ ପର୍ଯ୍ୟନ୍ତ ଚାଲିବ । ଏହାର ଉଦଘାଟନ ଉତ୍ସବ ୨୭ ନଭେମ୍ବରରେ ଜାକ ଯମକର ସହ ସମାପ୍ତ ହୋଇଛି । ଉଦଘାଟନୀ ଉତ୍ସବରେ ଶାହରୁଖ ଖାନ, ମାଧୁରୀ ଦୀକ୍ଷିତ ଏବଂ ଏ.ଆର ରହମାନ ଯୋଗ ଦେଇଥିଲେ । ଏଥି ସହ ଭାରତର ସବୁଠାରୁ ବଡ଼ ଡ୍ରୋଣ ଉଡାଣ ପ୍ରଦର୍ଶିତ ହୋଇଥିଲା ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ବଳଦେବ ରଥ (୧୭୮୯ - ୧୮୪୫) ଗଞ୍ଜାମ ଜିଲ୍ଲାର ଜଣେ ଓଡ଼ିଆ ରୀତି ଯୁଗର କବି । ସେ କବିସୂର୍ଯ୍ୟ ଭାବେ ପରିଚିତ । ଏକାଧାରରେ ଜଣେ କବି ଓ ସଙ୍ଗୀତକାର ଭାବରେ କବିତା, ଚମ୍ପୂ ଆଦିର ରଚନା କରି ସ୍ଵରସଂଯୋଜନା କରିଥିଲେ । ଗଞ୍ଜାମ ଜିଲ୍ଲାର ଢୁମ୍ପା ସଙ୍ଗୀତକୁ କବିସୂର୍ଯ୍ୟ ଆରମ୍ଭ କରିଥିଲେ ଓ ଗୀତ ରଚନା କରିଥିଲେ । ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ବିଶ୍ଵନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କ ଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଦଣ୍ଡନାଚ ଓଡ଼ିଶାର ଏକ ପ୍ରାଚୀନ ଓ ପାରମ୍ପରିକ ନାଚ । ଏହା ଗଞ୍ଜାମ ଜିଲ୍ଲାର ଏକ ଲୋକ ପର୍ବ। ଏହା ଗ୍ରାମାଞ୍ଚଳରେ ଏହା କାମନା ଦଣ୍ଡ ଭାବେ ପରିଚିତ। ଏହି ନୃତ୍ୟ ଧର୍ମିୟ ଧାରଣା ଏବଂ ଈଶ୍ଵର ବିଶ୍ଵାସ ଉପରେ ପ୍ରତିଷ୍ଠିତ । ନାଟକର ସୃଷ୍ଟି କେବେ ଓ କିଭଳି ହେଲା ତାହା ରହସ୍ୟମୟ । ତେବେ ଆଧୁନିକ ନାଟକ ସୃଷ୍ଟିର ବହୁ ପୂର୍ବରୁ ଲୋକନାଟକ ଗୁଡିକ ସୃଷ୍ଟି ହୋଇଥିବା ବିଷୟକୁ ଅସ୍ବୀକାର କରାଯାଇ ନପାରେ । କାରଣ ବେଦ, ଭରତମୁନିଙ୍କ ନାଟ୍ୟଶାସ୍ତ୍ର,ବୌଦ୍ଧ ନିକାୟ,ପାଣିନି,କୃଶାଶ୍ବ ଓ ବିଭିନ୍ନ ପୌରାଣିକ ଗ୍ରନ୍ଥରୁ ଲୋକନାଚକ ସମ୍ପର୍କରେ ସଂକେତ ମିଳିଥାଏ । ଲୋକନାଟକ ଗୁଡିକର ବର୍ହିଲକ୍ଷ ଓ ଅନ୍ତର୍ଲକ୍ଷ ହେଉଛି ଶିକ୍ଷା ପ୍ରଦାନ । ଜନଜୀବନର କାହାଣୀକୁ ବା ଲୋକବୃତ୍ତକୁ ବିଶ୍ବସ୍ତ ଭାବେ ଉପସ୍ଥାପିତ କରିବା ଲୋକନାଟକର ଅନ୍ୟ ଏକ ଲକ୍ଷ । ନାଟକ ହେଉଛି ଦୃଶ୍ୟକାବ୍ୟ ଓ କାବ୍ୟମାନଙ୍କ ମଧ୍ୟରେ ଶ୍ରେଷ୍ଠ । ନାଟକର ସ୍ରଷ୍ଟା ନାଟ୍ୟ ଶିଳ୍ପିର ମାୟାଜାଲ ବିସ୍ତାର କରି ଦର୍ଶକର ଚିତ୍ତ ବିନୋଦନ ସହିତ ସତ୍ୟ ,ଶିବ ଓ ମଙ୍ଗଳର ଜୟଗାନପାଇଁ ଆହ୍ବାନ ଦେଇଥାନ୍ତି ।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ଵରୂପରାଣୀ ଥିଲା । ସେ ସ୍ଵାଧିନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ବାମାପଦ ତ୍ରିପାଠୀ ଏବେ ସମାଜର ସମ୍ପାଦକ ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ସ୍ଵାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ଵ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ଵଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ଵଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ଵନାଥ ଦତ୍ତ ଓ ଭୁବନେଶ୍ଵରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ଵାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ଵରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି lଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ଵର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ଜନ୍ମ ନିରୋଧ ବା ଜନ୍ମ ନିୟନ୍ତ୍ରଣ ବା ପ୍ରଜନନ ଶକ୍ତି ନିୟନ୍ତ୍ରଣ ଏକ ପଦ୍ଧତି ଯାହାଦ୍ଵାରା ଗର୍ଭ ନିରୋଧ କରାଯାଏ ଅର୍ଥାତ ପିଲା ଜନ୍ମ ନ ହେବା ନିମନ୍ତେ ବନ୍ଦବୋସ୍ତ କରାଯାଏ । ଯୋଜନା, ବନ୍ଦବୋସ୍ତ ଓ ଜନ୍ମ ନିୟନ୍ତ୍ରଣକୁ ସାମୁହିକ ଭାବରେ ପରିବାର ଯୋଜନା ବା ପରିବାର ନିୟନ୍ତ୍ରଣ କହନ୍ତି । ପୁରାକାଳରୁ ଜନ୍ମ ନିରୋଧ ପଦ୍ଧତିର ପ୍ରଚଳନ ଚାଲିଆସିଛି କିନ୍ତୁ ବିଂଶ ଶତାବ୍ଦୀରେହିଁ ଫଳପ୍ରଦ ଓ ନିରାପଦ ପଦ୍ଧତି ଉପଲବ୍ଧ ହେଲା । ଧାର୍ମିକ, ନୈତିକ ଓ ରାଜନୈତିକ କାରଣରୁ ଅନେକ ସଂସ୍କୃତିରେ ଜନ୍ମ ନିରୋଧକୁ ବିରୋଧ କରାଯାଏ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ମାଦଳା ପାଞ୍ଜି ଓଡ଼ିଶାରେ ରାଜତ୍ଵ କରୁଥିବା ବିଭିନ୍ନ ରାଜବଂଶର ଏକ ଇତିହାସ ପୋଥି ତଥା ପୁରୀ ଜଗନ୍ନାଥ ମନ୍ଦିରରେ ଶ୍ରୀ ଜଗନ୍ନାଥଙ୍କ ପାଖରେ ପୂଜିତ । ଖ୍ରୀଷ୍ଟୀୟ ଦ୍ଵାଦଶ ଶତାବ୍ଦୀଠାରୁ ଉନବିଂଶ ଶତାବ୍ଦୀର ମଧ୍ୟଭାଗ ପର୍ଯ୍ୟନ୍ତ ଶ୍ରୀଜଗନ୍ନାଥଙ୍କ ଇତିବୃତ୍ତ ଏଥିରୁ ମିଳିଥାଏ । ରାଜା ଓ ମନ୍ଦିରର ଇତିହାସ ଲେଖିବାପାଇଁ ସଙ୍କଳ୍ପ କରିଥିବା ଲିଖନକାରମାନେ ମଝିରେ ମଝିରେ ବିଭିନ୍ନ କିମ୍ବଦନ୍ତୀ ପ୍ରୟୋଗ କରିବାରେ ଗ୍ରନ୍ଥଟି ସାହିତ୍ୟିକ ମର୍ଯ୍ୟାଦା ଲାଭ କରିପାରିଛି । ଓଡ଼ିଆ ଗଦ୍ୟ ସାହିତ୍ୟର ବିକାଶରେ ଉଭୟ ଭାଷା ଓ ଶୈଳୀ ଦୃଷ୍ଟିରୁ ମାଦଳାପାଞ୍ଜିର ସ୍ଥାନ ସ୍ଵତନ୍ତ୍ର ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ପୃଥିବୀର ବାୟୁମଣ୍ଡଳ, ସାଧାରଣତଃ ବାୟୁ ନାମରେ ପରିଚିତ, ଏକ ଗ୍ୟାସ୍ମାନଙ୍କ ସମାହାର ଯାହା ପୃଥିବୀ ଗ୍ରହକୁ ଘେରି ରହିଛି ଓ ପୃଥିବୀର ମାଧ୍ୟାକର୍ଷଣ ଶକ୍ତି ବଳରେ ଆକର୍ଷିତ ହୋଇ ରହିଛି । ଏହି ବାୟୁମଣ୍ଡଳ ପୃଥିବୀର ଜୀବ ମାନଙ୍କୁ ଅତିବାଇଗିଣୀ ରଶ୍ମୀ ସୌର ରାଡିଏସନକୁ (ultraviolet solar radiation) ଅବଶୋଷଣ କରି ସୁରକ୍ଷା ଦିଏ, ଏହାର ବାହ୍ୟ ଭାଗକୁ ଉଷୁମ ରଖେ ଓ ଦିବାରାତ୍ରୀର ଚରମ ଉତ୍ତାପକୁ (ଦୈନନ୍ଦିନ ଉତ୍ତାପ ପରିବର୍ତ୍ତନ) କମେଇ ଦିଏ ।
ଏହି ବିଜ୍ଞାନ ଯୁଗରେ ପରିସଂଖ୍ୟାନର ବ୍ୟବହାର ବହୁ କ୍ଷେତ୍ରରେ ଦେଖାଯାଏ । କୃଷି, ଶିଳ୍ପ, ସ୍ୱାସ୍ଥ୍ୟ, ଶିକ୍ଷା, ଶାସନ ଆଦି କ୍ଷେତ୍ରରେ ପରିସଂଖ୍ୟାନ ବିନା କୌଣସି ନିର୍ଦ୍ଧିଷ୍ଟ ସିଦ୍ଧାନ୍ତରେ ପହଞ୍ଚିବା ସମ୍ଭବ ନୁହେଁ । ପରିସଂଖ୍ୟାନର ଇଂରାଜୀ ପ୍ରତିଶବ୍ଦ ହେଉଛି Statistics ଏବଂ ଏହି ଶବ୍ଦ ଲାଟିନ୍ ଶବ୍ଦ Status ଅଥବା ଇଟାଲୀୟ ଶବ୍ଦ Statistaରୁ ଉଦ୍ଭବ ବୋଲି ମନେହୁଏ । ଏହି ଦୁଇ ଶବ୍ଦର ଅର୍ଥ ହେଉଛି 'ରାଜନୈତିକ ଅବସ୍ଥା' ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।