ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
୧୯୩୬ ଅପ୍ରେଲ ୧ ତାରିଖ ଦିନ ଏକ ରାଜ୍ୟ ଭାବେ ନବଗଠିତ ହେବା ସ୍ମୃତିରେ ଅପ୍ରେଲ ମାସ ୧ ତାରିଖ ଦିନ ଉତ୍କଳ ଦିବସ (ଓଡ଼ିଶା ଦିବସ) ପାଳନ କରାଯାଇଥାଏ । ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ । ୧୫୬୮ରେ ଶେଷ ହିନ୍ଦୁ ରାଜା ମୁକୁନ୍ଦ ଦେବଙ୍କ ଦେହାନ୍ତ ପରେ, ବ୍ରିଟିଶ ଶାସନରୁ ଅଲଗା ହୋଇ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତିଙ୍କ ଚେଷ୍ଟାରେ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ଆନ୍ଦୋଳନ ତେଜିଥିଲା । ପ୍ରଥମେ ଓଡ଼ିଶା ରାଜ୍ୟ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ଵର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ତିଆରି କରାଯାଇଥିଲା । ସାର ଅଷ୍ଟିନ ହବାକ ଓଡ଼ିଶାର ପହିଲା ରାଜ୍ୟପାଳ ଭାବରେ ଶପଥ ନେଇଥିଲେ । ୧୯୩୬ ମସିହା ଏପ୍ରିଲ ପହିଲା ଦିନ ଓଡ଼ିଶାକୁ ଏକ ସ୍ଵତନ୍ତ୍ର ରାଜ୍ୟର ମାନ୍ୟତା ମିଳିଲା। ୧୯୯୨ ମସିହାରେ ଓଡ଼ିଶାର ୧୩ଟି ଜିଲ୍ଲାକୁ ପୁନର୍ବିଭାଜନ କରି ୩୦ଟି ଜିଲ୍ଲାରେ ଭାଗ କରାଗଲା । ପ୍ରତି ବର୍ଷ ଏପ୍ରିଲ ପହିଲା ଦିନଟିକୁ ଓଡ଼ିଶା ଦିବସ ରୂପେ ପାଳନ କରା ଯାଇ ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର କର୍ଣ୍ଣଧାର ମାନଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ କରାଯାଏ। , ଏବେ ଓଡ଼ିଶାରେ ୩୦ଟି ଜିଲ୍ଲା ରହିଛି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ବିଟ କଏନ ଏକ ଗୁପ୍ତ ମୁଦ୍ରା ବା ଅଦୃଶ୍ୟ କ୍ୟାଶ ଅଟେ । ଏହାକୁ ଅନଲାଇନ ୱାଲେଟ ମଧ୍ୟ କୁହାଯାଏ । ଅନଲାଇନରେ ଦ୍ରବ୍ୟ କ୍ରୟ ପାଇଁ ଏହାକୁ ବ୍ୟବହାର କରାଯାଏ । ସାଂଖିକ ଦେଣନେଣ ( ଡିଜିଟାଲ ପେମେଣ୍ଟ )ର ଏହା ଏକ ମାଧ୍ୟମ ଅଟେ । ବିଟ କଏନଦ୍ୱାରା ବିଶ୍ୱର ଯେକୌଣସି ସ୍ଥାନରୁ ସିଧାସଳଖ କିଣାବିକା କରାଯାଇ ପାରେ । ଏକ ଅଜ୍ଞାତ ପ୍ରୋଗ୍ରାମର କିମ୍ବା ସତୋଶୀ ନାକାମୋତୋ ନାମକ ଏକ ପ୍ରୋଗ୍ରାମର ଗୋଷ୍ଠୀ ଦ୍ବାରା ଉଦ୍ଭାବିତ ହୋଇଥିଲା । ଏହାକୁ ଓପନ ସୋର୍ସରେ ୨୦୦୯ ମସିହାରେ ଛଡ଼ାଯାଇଥିଲା ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ବିନୋଦ ଚନ୍ଦ୍ର ନାୟକ(୨ ସେପ୍ଟେମ୍ବର ୧୯୧୯ - ୧୫ ନଭେମ୍ବର ୨୦୦୩ ) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ସାହିତ୍ୟିକ ଥିଲେ । ଗତାନୁଗତିକ ଧାରାରୁ ବାହାରି ଆଧୁନିକତା ସଙ୍ଗେ ରୋମାଣ୍ଟିକ ଚିନ୍ତାଧାରାର ସମ୍ମିଶ୍ରଣ ତାଙ୍କ କବିତାର ବିଶେଷତା ଥିଲା । କବିତା ସଂକଳନ ସରୀସୃପ ପାଇଁ ସେ ୧୯୭୦ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନିତ ହୋଇଥିଲେ । ତାଙ୍କ କବିତା ସାରା ଦେଶରେ ଆଦୃତ ହୋଇଛି ଓ ବହୁ ଭାଷାରେ ଅନୁବାଦିତ ହୋଇଛି । ତାଙ୍କର କୃତି ସମୂହ ଉପରେ ଅନେକ ବିଦ୍ୟାର୍ଥୀ ଉଚ୍ଚତର ଗବେଷଣା କରି ଡକ୍ଟରେଟ ଉପାଧି ପାଇଛନ୍ତି ।
ସିରୋସିସ୍ /sɪˈroʊsɪs/ ଏକ ପ୍ରକାର ରୋଗ ଯେଉଁଥିରେ ଦୀର୍ଘକାଳୀନ କ୍ଷତି ଯୋଗୁ ଯକୃତ ଭଲ ରୂପେ କାର୍ଯ୍ୟ କରିପାରେ ନାହିଁ । ସ୍ୱାଭାବିକ ଭାବରେ ରୋଗ ବର୍ଷ ବର୍ଷ ଧରି ଧୀରେ ବଢ଼ିଚାଲେ । ରୋଗ ଆରମ୍ଭରେ କୋଣସି ଲକ୍ଷଣ ପ୍ରକାଶ ପାଏନାହିଁ । ରୋଗ ଖରାପ ଦିଗକୁ ଗତି କଲେ ଦୁର୍ବଳ ଲାଗେ, ଗଲୁ କରେ, ଗୋଡ଼ ନିମ୍ନଭାଗ ଫୁଲିଯାଏ, ଚମ ହଳଦିଆ ହୁଏ, ସହଜରେ କ୍ଷତ ହୁଏ, ପେଟରେ ତରଳ ପଦାର୍ଥ ଜମିଯାଏ ଓ ପେଟ ବୁଢ଼ିଆଣି ବସା ପରି ଶିରାଳ ଦେଖାଯାଏ । ପେଟରେ ଜମିଥିବା ତରଳ ପଦାର୍ଥ ସ୍ୱତଃ ସଂକ୍ରମିତ ହୋଇଯାଇପାରେ । ଅନ୍ୟ ଜଟିଳତା ମଧ୍ୟରେ ହେପାଟିକ ଏନକେଫାଲୋପାଥି, ଏସୋଫେଗସରେ ଥିବା ସ୍ଫିତ ରକ୍ତନଳୀରୁ ରକ୍ତସ୍ରାବ ଓ କର୍କଟ ରୋଗ ହୋଇପାରେ । ହେପାଟିକ ଏନକେଫାଲୋପାଥି ହେଲେ ମାନସିକ ଦ୍ୱନ୍ଦ ହୁଏ ଓ ମୂର୍ଚ୍ଛା ହେବା ସମ୍ଭାବନା ରହେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ହେମିସ୍ ଜାତୀୟ ଉଦ୍ୟାନ ଭାରତର ଜାମୁ ଓ କାଶ୍ମୀର ରାଜ୍ୟର ପୂର୍ବ-ଲଦାଖ ଅଞ୍ଚଳରେ ଅବସ୍ଥିତ । ଜାତୀୟ ଉଦ୍ୟାନଟି ସମୁଦ୍ରପତନରୁ ୩୦୦୦-୬୦୦୦ ମିଟର୍ ଉଚ୍ଚରେ ଅବସ୍ଥିତ । ତୁଷାର ଚିତାବାଘ (ଈଂରାଜୀରେ snow leopard) ପାଇଁ ଏହି ଜାତୀୟ ଉଦ୍ୟାନ ବିଶ୍ଵ ପ୍ରସିଦ୍ଧ । ବିଶ୍ଵର ସମସ୍ତ ସଂରକ୍ଷିତ ତୁଷାର ଚିତାବାଘ ଅଭୟାରଣ୍ୟକୁ ତୁଳନା କଲେ ହେମିସ୍ ଉଦ୍ୟାନରେ ଏମାନଙ୍କ ଘନତା ସର୍ବାଧିକ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ । ତଥ୍ୟ ପୃଷ୍ଠାରେ ଯୋଡାଯାଇଥିବା ହାଇପରଲିଙ୍କ ଗୁଡିକ ବ୍ୟବହାରକାରୀକୁ ସହଜରେ ଅନ୍ୟ ଏକ ଇଣ୍ଟର୍ନେଟ ପୃଷ୍ଠାକୁ ଯିବାରେ ସାହାଯ୍ୟ କରିଥାଏ । ବର୍ତ୍ତମାନ ବିଶ୍ଵରେ କେତେକ ଲୋକପ୍ରିୟ ବ୍ରାଉଜର ହେଉଛନ୍ତି ଫାୟାର ଫକ୍ସ , ଗୁଗୁଲ , ଅପେରା , ସଫାରି ଇତ୍ୟାଦି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨)ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ରାମାୟଣ, ଭିନ୍ନ ଭାଷା ଓ ପ୍ରକାରଭେଦ ରେ
ହିନ୍ଦୁ ଧାର୍ମିକ ମହାକାବ୍ୟ ରାମାୟଣର ବିଭିନ୍ନ ଭାଷାରେ ଅନ୍ୟୁନ ତିନି ଶହ ବିଭିନ୍ନ ରଚନା ରହିଥିବାର ଜଣାଯାଏ । ସେହି ମଧ୍ୟରୁ ସର୍ବପୁରାତନ ରାମାୟଣ ସନ୍ଥ ବାଲ୍ମୀକିଙ୍କ ରଚିତ ରାମାୟଣ ଓ ଅନେକ ରାମାୟଣ ସେହି ରାମାୟଣକୁ ଆଧାର କରି ଲେଖାଯାଇଛି । ମୂଳ କଥା ବସ୍ତୁ ସବୁ ରାମାୟଣରେ ସମାନ ରହିଥିଲେ ମଧ୍ୟ ବିଭିନ୍ନ ବିଷୟ ବସ୍ତୁରେ ବିବିଧତା ରହିଥାଏ ।
କ୍ରିଏଟିଭ କମନ୍ସ(ସିସି) ଏକ ଆମେରିକୀୟ ଅଣଲାଭକାରୀ ସଂସ୍ଥା ଯାହା ରଚନାତ୍ମକ କାମକୁ ଆଇନଗତ ଭାବେ ବାଣ୍ଟିବା ଓ ବ୍ୟବହାର କରିବାରେ ସାହାୟତା କରେ। ଏହି ସଂସ୍ଥା କପିରାଇଟ ଲାଇସେନ୍ସ ରୂପରେ କ୍ରିଏଟିଭ କମନ୍ସ ଲାଇସେନ୍ସ ବା ସିସି ଲାଇସେନ୍ସ ପ୍ରକାଶିତ କରିଛି ଯାହା ନିଶୁଳ୍କ ଭାବେ ବ୍ୟବହାର କରିହେବ। ଏହି ଲାଇସେନ୍ସ ସ୍ରଷ୍ଠାକୁ କିଛି ଅଧିକାର ରଖିବାରେ ସାହାୟତା କରେ। ସହଜରେ ବ୍ୟବହାରକାରୀକୁ ଲାଇସେନ୍ସ ବିଷୟରେ ବୁଝେଇବା ପାଇଁ କିଛି ପ୍ରତୀକ ମଧ୍ୟ ବ୍ୟବହାର କରାଯାଏ। କ୍ରିଏଟିଭ କମନ୍ସ କପିରାଇଟର ଅନ୍ୟ ରୁପ ନୁହଁ କିନ୍ତୁ ତା ଉପରେ ଆଧାରିତ ଅଟେ।
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ଵତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହାଦ୍ଵାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ଵ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି । ଏହାର ବ୍ୟବହାର ଓ ସିଦ୍ଧାନ୍ତ ଗୁଡିକ ଉପରେ ଗବେଷଣା କରି ଏହାର ବିଭାଗୀକରଣ କରାଯାଇଛି । ଏହାର କିଛି ବିଷୟକୁ ଆମର ଦୈନନ୍ଦିନ ଜୀବନରେ ସଫଳ ଭାବେ ବ୍ୟବହାର କରାଯାଇପାରୁଥିବା ବେଳେ, ଅନ୍ୟ କଛି ବିଷୟକୁ କେବଳ ସମ୍ୟକ ଧାରଣା ଓ ଅନୁମାନକୁ ଆଧାର କରି ଭବିଷ୍ୟତରେ ଗବେଷଣା ପାଇଁ ବିଷୟବସ୍ତୁ ଭାବରେ ନିଆଯାଉଛି ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ରାଜାଜୀ ଜାତୀୟ ଉଦ୍ୟାନ ଉତ୍ତର ଭାରତର ଜାତୀୟ ଉଦ୍ୟାନ ଓ ବ୍ୟାଘ୍ର ଅଭୟାରଣ୍ୟମାନଙ୍କ ମଧ୍ୟରୁ ଗୋଟିଏ । ଏହି ଜାତୀୟ ଉଦ୍ୟାନ ନିମ୍ନ ହିମାଳୟର ସିୱାଲିକ୍ ପର୍ବତଶ୍ରେଣୀରେ ସ୍ଥିତ । ଜାତୀୟ ଉଦ୍ୟାନଟି ୮୨୦ (କି.ମି.)୨ କ୍ଷେତ୍ରଫଳ ବିଶିଷ୍ଟ ଓ ଉତ୍ତରାଖଣ୍ଡ ରାଜ୍ୟର ତିନୋଟି ଜିଲ୍ଲା ହରିଦ୍ଵାର, ଦେରାଦୁନ୍ ଏବଂ ପୌରି ଗଡ଼ୱାଲ୍ରେ ବ୍ୟାପ୍ତ । ୧୯୮୩ ମସିହାରେ ଚିଲ୍ଲା, ମୋତିଚୁର ଓ ରାଜାଜୀ ନାମକ ତିନୋଟି ଅଭୟାରଣ୍ୟକୁ ମିଶାଇ ରାଜାଜୀ ଜାତୀୟ ଉଦ୍ୟାନ ସ୍ଥାପିତ ହୋଇଥିଲା ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଅପେରା ବା ଯାତ୍ରା ଓଡ଼ିଶା ଏବଂ ପଶ୍ଚିମ ବଙ୍ଗରେ ଏକ ଲୋକ କଳା । ଏହା ଏକ ଭ୍ରମଣ କାରି ନାଟକ ପ୍ରଦର୍ଶନ କରୁଥିବା ଦଳକୁ ବୁଝାଏ । ଯାତ୍ରାରେ ପ୍ରଦର୍ଶିତ ହେଉଥିବା ନାଟକ ଗୁଡିକ ଜନ ଜୀବନର କାହାଣୀଦ୍ଵାରା ପ୍ରଭାବିତ ହୋଇଥାଏ । ଯାତ୍ରାର ମୁଖ୍ୟ ଆକର୍ଷଣ ଏହାର ସଂଳାପ ଏବଂ ନୃତ୍ୟ ଗୀତ । ଓଡ଼ିଶାର ସବୁ ମେଳା ମହୋତ୍ସବରେ ଯାତ୍ରା ଦଳଗୁଡିକ ନିଜର ନାଟକ ପ୍ରଦର୍ଶନ କରିଥାନ୍ତି । ରଙ୍ଗୀନ, ଜକମକ ବେଶଭୁଷା, ଆକର୍ଷଣୀୟ ନୃତ୍ୟ ତଥା ସଙ୍ଗୀତର ସମାରୋହ ଯାତ୍ରାକୁ ଲୋକପ୍ରିୟ କରିବାରେ ସାହାଯ୍ୟ କରିଛି ।
ଉଇକିପିଡ଼ିଆ' (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା ୱେବକୁ ନେଇ ତିଆରି ମିଳିତ ବହୁଭାଷୀ ଜ୍ଞାନକୋଷ । ଏହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ପରିଚାଳିତ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର ଉଇକିଆଳିଙ୍କଦ୍ୱାରା ସମ୍ପାଦିତ । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦେଇ ବଦଳାଯାଇପାରିବ । ଉଇକିପିଡ଼ିଆ ୨୦୦୧ ମସିହାରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦେଇ ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ । ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r
ମଧୁମେହ (ଇଂରାଜୀରେ Diabetes mellitus, ସଂକ୍ଷେପରେ DM, ଡାଏବେଟିସ ନାମରେ ପରିଚିତ) ରୋଗ ମେଟାବୋଲିକ ରୋଗମାନଙ୍କ ଏକ ଦଳକୁ ନିର୍ଦ୍ଦେଶ କରାଏ ଯେଉଁଥିରେ ରକ୍ତଶର୍କରା ସ୍ତର ଉଚ୍ଚ ଥାଏ ଅନେକ ଦିନ ପର୍ଯ୍ୟନ୍ତ । ଉଚ୍ଚ ସ୍ତରର ରକ୍ତଶର୍କରା ଥିବାର ଲକ୍ଷଣମାନ: ପଲିୟୁରିଆ ବା ଘନ ଘନ ପରିସ୍ରା ହୁଏ, ପଲିଡିପ୍ସିଆ ବା ଅଧିକ ଶୋଷ ହୁଏ ଓ ପଲିଫେଜିଆ ବା ଅଧିକ ଭୋକ ହୁଏ । ଚିକିତ୍ସିତ ନ ହେଲେ ଏହି ରୋଗର ଅନେକ ଜଟିଳତା ସୃଷ୍ଟି ହୁଏ । ସେଗୁଡ଼ିକ ନାମ - ଡାଏବେଟିକ କିଟୋଏସିଡୋସିସ ଓ ନନ୍କିଟୋଟିକ ହାଇପରଅସମୋଲାର କୋମା ବା ସାଧାରଣରେ ପରିଚିତ କୋମା । ସାଂଘାତିକ ଦୀର୍ଘକାଳୀନ ଜଟିଳତା ଗୁଡ଼ିକର ନାମ - ହୃତ୍ପିଣ୍ଡରକ୍ତନଳୀ ରୋଗ, ସ୍ଟ୍ରୋକ୍, ବୃକ୍କ ଫେଲ୍, ପାଦ ଘାଆ ଓ ଡାଏବେଟିସ ଜନିତ ରେଟିନୋପାଥି
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ବାମାପଦ ତ୍ରିପାଠୀ ଏବେ ସମାଜର ସମ୍ପାଦକ ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଗର୍ଭାବସ୍ଥା, (ଅନ୍ୟ ନାମ ପ୍ରେଗନାନ୍ସି ବା ଗ୍ରାଭିଡିଟି ବା ଜେସ୍ଟାସନ, ଇଂରାଜୀରେ ଯଥାକ୍ରମେ Pregnancy or gravidity or gestation) ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ woman ଗର୍ଭରେ ଏକ ନୂତନ ଅପତ୍ୟ (offspring) ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ସୌଭାଗ୍ୟ କୁମାର ମିଶ୍ର (ଜନ୍ମ ୫ ସେପ୍ଟେମ୍ବର ୧୯୪୧) ବ୍ରହ୍ମପୁର, ଓଡ଼ିଶାରେ ଜନ୍ମିତ ଜଣେ କବି । ୧୯୫୫ ମସିହାରୁ ଲେଖି ଆସୁଥିବା, ସୌଭାଗ୍ୟ ମିଶ୍ର ୨୫ରୁ ଊର୍ଦ୍ଧ୍ଵ ପୁସ୍ତକ ରଚନା କରିସାରିଛନ୍ତି । ଇଂରାଜୀ ଭାଷା ସାହିତ୍ୟରେ ସ୍ନାତକୋତ୍ତର ଡିଗ୍ରୀ ପ୍ରଥମ ଶ୍ରେଣୀରେ ପ୍ରଥମ ସ୍ଥାନ ଓ ଡକ୍ଟରେଟ ଉପାଧି ହାସଲ କରିବା ପରେ କଲେଜରେ ଅଧ୍ୟାପନା ଅାରମ୍ଭ କରିଥିଲେ । ବିଜେବି କଲେଜ ଓ ରେଭେନ୍ସା ମହାବିଦ୍ୟାଳୟ ଆଦିରେ ଶିକ୍ଷାଦାନ କରିବା ପରେ, ୧୯୭୮ରୁ ୨୦୦୧ ଯାଏଁ ବହ୍ମପୁର ବିଶ୍ୱବିଦ୍ୟାଳୟର ସ୍ନାତକୋତ୍ତର ଇଂରାଜୀ ବିଭାଗରେ ପ୍ରଫେସର ଭାବେ କାର୍ଯ୍ୟରତ ଥିଲେ । ୧୯୮୬ ମସିହାରେ ତାଙ୍କ କବିତା ସଂକଳନ "ଦ୍ୱା ସୁପର୍ଣ୍ଣା' ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଏହି ବିଜ୍ଞାନ ଯୁଗରେ ପରିସଂଖ୍ୟାନର ବ୍ୟବହାର ବହୁ କ୍ଷେତ୍ରରେ ଦେଖାଯାଏ । କୃଷି, ଶିଳ୍ପ, ସ୍ୱାସ୍ଥ୍ୟ, ଶିକ୍ଷା, ଶାସନ ଆଦି କ୍ଷେତ୍ରରେ ପରିସଂଖ୍ୟାନ ବିନା କୌଣସି ନିର୍ଦ୍ଧିଷ୍ଟ ସିଦ୍ଧାନ୍ତରେ ପହଞ୍ଚିବା ସମ୍ଭବ ନୁହେଁ । ପରିସଂଖ୍ୟାନର ଇଂରାଜୀ ପ୍ରତିଶବ୍ଦ ହେଉଛି Statistics ଏବଂ ଏହି ଶବ୍ଦ ଲାଟିନ୍ ଶବ୍ଦ Status ଅଥବା ଇଟାଲୀୟ ଶବ୍ଦ Statistaରୁ ଉଦ୍ଭବ ବୋଲି ମନେହୁଏ । ଏହି ଦୁଇ ଶବ୍ଦର ଅର୍ଥ ହେଉଛି 'ରାଜନୈତିକ ଅବସ୍ଥା' ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ହନୁ ମାଙ୍କଡ଼ ବା ହନୁମାନ ଲଂଗୁର୍ ଭାରତୀୟ ଉପମହାଦ୍ଵୀପରେ ସର୍ବବ୍ୟାପ୍ତ ବାନର ପ୍ରଜାତି ଓ ଆଦି ବାନରମାନଙ୍କ ମଧ୍ୟରୁ ଅନ୍ୟତମ । ଏମାନଙ୍କ ପ୍ରଜାତିର ଜୀବବିଜ୍ଞାନ ନାମ ହେଲା Semnopithecus, ଯାହା ଗ୍ରୀକ୍ ଶବ୍ଦ σεμνός (semnós ଅର୍ଥାତ୍ -ପବିତ୍ର) ଓ πίθηκος (píthēkos ଅର୍ଥାତ୍ - ବାନର)ର ସମ୍ମିଶ୍ରଣରୁ ସୃଷ୍ଟ । ଏମାନଙ୍କ ସମସ୍ତ ପ୍ରଜାତି Semnopithecus entellus ମୁଖ୍ୟ ପ୍ରଜାତିର ଅଂଶ ଭାବେ ପରିଗଣିତ ହୁଅନ୍ତି । ୨୦୦୧ ମସିହାରେ ପୂର୍ବରୁ ଆବିଷ୍କୃତ କିଛି ଭିନ୍ନ ଭିନ୍ନ ଉପ-ପ୍ରଜାତିଙ୍କୁ ପ୍ରଜାତି ଭାବେ ଗଣନା କରାଯିବାରୁ ୭ଟି ଭିନ୍ନ ପ୍ରଜାତିର ସୃଷ୍ଟି ହେଲା । ଅଳ୍ପ ଉପ-ପ୍ରଜାତି ବିଶିଷ୍ଟ ଆଉ ଏକ ପ୍ରସ୍ତାବିତ ଶ୍ରେଣୀ ବିଭାଗ ମଧ୍ୟ ରହିଛି । Trachypithecus ପ୍ରଜାତିର ଉପ-ପ୍ରଜାତି ଭାବେ ପରିଗଣିତ ନୀଳଗିରି ହନୁ ମାଙ୍କଡ଼ ଓ ବାଇଗଣୀମୁହାଁ ହନୁ ମାଙ୍କଡ଼ ପ୍ରକୃତରେ Semnopithecus ପ୍ରଜାତିର ବୋଲି ଜେନେଟିକ୍ ପ୍ରମାଣ ମିଳିଛି ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ଵାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ସୂର୍ଯ୍ୟଙ୍କର ଏକ ରାଶିରୁ ଅନ୍ୟରାଶି ଗମନକୁ ସଂକ୍ରାନ୍ତି କହନ୍ତି । ଅମାବାସ୍ୟା ଓ ପୂର୍ଣ୍ଣିମାକୁ ଧରି ଚନ୍ଦ୍ରଙ୍କ କ୍ଷୟବୃଦ୍ଧି ସହିତ ଚାନ୍ଦମାନ ଓ ସଂକ୍ରାନ୍ତି କଳାରେ ସୌରମାନ ମାସ ଆମର ପଞ୍ଜିକାରେ ଅନ୍ତର୍ଭୁକ୍ତ । ଅମାବାସ୍ୟା ଓ ପୂର୍ଣ୍ଣିମା ଚନ୍ଦ୍ର ଦର୍ଶନ ଯୋଗୁଁ ପ୍ରତ୍ୟକ୍ଷରେ ଉପଲବ୍ଧ କରିହୁଏ; କିନ୍ତୁ ସୂର୍ଯ୍ୟଙ୍କ ଗତି ଯୋଗୁଁ ଦିନ ରାତି ଏବଂ ଋତୁମାନଙ୍କର ପରିବର୍ତ୍ତନ ହୁଏ । ପ୍ରତି ଇଂରାଜୀ ମାସର ତା୧୩ରିଖ ଠାରୁ ତା୧୫ରିଖ ମଧ୍ୟରେ ସୂର୍ଯ୍ୟ ଗୋଟିଏ ରାଶିରୁ ଅନ୍ୟ ଏକ ରାଶିକୁ ଗମନ କରିବା ଯୋଗୁଁ ସୂର୍ଯ୍ୟଙ୍କର ସଂକ୍ରମଣ କ୍ରିୟା ବା ସଂକ୍ରାନ୍ତି ହୁଏ । ତେଣୁ ସୂର୍ଯ୍ୟଙ୍କ ଅୟନ କ୍ରମେ ସେହି ସଂକ୍ରାନ୍ତିଗୁଡିକ ନାମିତ ହୋଇଥାନ୍ତି । ଏହିପରି ସୌରମାନ ମାସଗୁଡ଼ିକୁ ଇଂରାଜୀ ମାସିକ ପଞ୍ଜିକା ଅନୁସାରେ ଗଣନା କରାଯାଏ ।
ମିଳିତ ଜାତିସଂଘ ଗୋଟିଏ ଅନ୍ତଃ -ସରକାରୀ ଅନୁଷ୍ଠାନ ଯାହା ଅନ୍ତର୍ଜାତିକ ସହଯୋଗକୁ ବିକଶିତ କରିଥାଏ । ପୂର୍ବରୁ ନିଷ୍କ୍ରିୟ ଥିବା ଥିବା କେତେକ ରାଷ୍ଟ୍ରର ଗୋଷ୍ଠୀକୁ ପରିବର୍ତିତ ରୂପ ଦେଇ ୨୪ ଅକ୍ଟୋବର ୧୯୪୫ରେ ମିଳିତ ଜାତିସଂଘର ସଂସ୍ଥାପନା ହେଇଥିଲା । ଦ୍ଵିତୀୟ ମହାସମର ପରେ ଯେମିତି ସେପରି ନ ହୁଏ ସେତେବେଳେ ୫୧ଟି ସଦସ୍ୟ ରାଷ୍ଟ୍ରକୁ ନେଇ ଗଠନ ହେଇଥିବା ମିଳିତ ଜାତିସଂଘରେ ବର୍ତମାନ ସଦସ୍ୟ ସଂଖ୍ୟା ୧୯୩ । ମିଳିତ ଜାତିସଂଘର ମୁଖ୍ୟ କାର୍ଜ୍ୟାଳୟ ନିଉୟର୍କ ସହରର ମାନହାଟ୍ଟନଠାରେ ଅବସ୍ଥିତ । ଏହା ବ୍ୟତୀତ ଜେନେଭା , ନାଇରୋବି ,ଏବଂ ଭିଏନାରେ ମଧ୍ୟ ମୁଖ୍ୟ କାର୍ଜ୍ୟାଳୟ ସବୁ ରହିଛି ।ଏହି ସଂଗଠନ ସଦସ୍ୟ ରାଷ୍ଟ୍ର ସମୂହଙ୍କ ସ୍ଵେଚ୍ଛାକୃତ ଏବଂ ଆତ୍ମ ନିର୍ଧାରିତ ଅନୁଦାନଦ୍ଵାରା ପରିଚାଳିତ ହୁଏ । ଏହାର ମୂଳ ଲକ୍ଷ୍ୟ ହେଲା ଅନ୍ତର୍ଜାତିକ ଶାନ୍ତି ଓ ସୁରକ୍ଷା ବଜାୟ ରଖିବା , ମାନବିକ ଅଧିକାରର ଅଗ୍ରାଧିକାର , ସାମାଜିକ ଓ ଅର୍ଥନୈତିକ ସନ୍ତୁଳନ ରଖିବା , ପରିବେଶର ସୁରକ୍ଷା କରିବା ଓ ମରୁଡି ବା ପ୍ରକୃତିକ ଦୁର୍ବିପାକ ସମୟରେ ମାନବିକ ସାହାଯ୍ୟ ଯୋଗେଇଦେବା , ଓ ସାମରିକ ଦ୍ଵନ୍ଦର ସମାଧାନ କରିବା ।
ପେରିକାର୍ଡ଼ାଇଟିସ (ଇଂରାଜୀ ଭାଷାରେ Pericarditis) ଏକ ରୋଗର ନାମ ଯେଉଁଥିରେ ହୃତ୍ପିଣ୍ଡର ତନ୍ତୁମୟ ଖୋଳ ବା ପେରକାର୍ଡ଼ିଅମର (pericardium) ପ୍ରଦାହ (inflammation) ହୋଇଥାଏ । ଏହି ରୋଗରେ ତୀବ୍ର ଛାତି ଯନ୍ତ୍ରଣା (chest pain) ହଠାତ ଆରମ୍ଭ ହୁଏ । ପିଠି, ବେକ ଓ କାନ୍ଧରେ ମଧ୍ୟ ଏହି ଯନ୍ତ୍ରଣା ଅନୁଭବ ହୋଇପାରେ । ବିଛଣାରେ ଗଡ଼ିଲେ ବା ଲମ୍ବା ପ୍ରଶ୍ୱାସ ନେଲେ କଷ୍ଟ ବଢ଼ିଯାଏ କିନ୍ତୁ ବସିପଡ଼ିଲେ ଭଳ ଲାଗେ । ଅନ୍ୟାନ୍ୟ ଲକ୍ଷଣ ମଧ୍ୟରେ ଜ୍ୱର, ଦୁର୍ବଳତା (weakness), ଖର ସ୍ପନ୍ଦନ (palpitations) ଓ ଅଣନିଶ୍ୱାସୀ (shortness of breath) ଲାଗେ । ବେଳେବେଳେ ରୋଗ ହଠାତ ଆରମ୍ଭ ନ ହୋଇ ଧୀରେ ଧୀରେ ହୁଏ ।