ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ବୈଶାଖ ସଂକ୍ରାନ୍ତି (ସୂର୍ଯ୍ୟଙ୍କର ମେଷ ରାଶିକୁ ସଂକ୍ରମଣ ଦିନ) ବା ପଣା ସଂକ୍ରାନ୍ତି ଠାରୁ ସୌରମାନ ବର୍ଷର ପ୍ରଥମ ଗଣନା ଆରମ୍ଭ ହୁଏ । ଏହା ସୌର ବୈଶାଖର ପ୍ରଥମ ଦିବସ । ଏହିଦିନଠାରୁ ନୂତନ ଶକାବ୍ଦ ଗଣନାର ଆରମ୍ଭ ହୁଏ । ଓଡ଼ିଆ ନବବର୍ଷର ଆରମ୍ଭ ପ୍ରଣାଳୀ ବିଜ୍ଞାନ ସମ୍ମତ ଓ ଯୁକ୍ତିଯୁକ୍ତ ଏହାର ଗଣନା ନିରୟଣ ସୂର୍ଯ୍ୟ ମେଷରାଶିରେ ପ୍ରବେଶ କରିବାଠାରୁ ହୋଇଥାଏ । ଏହି ପଦ୍ଧତି ଓଡ଼ିଶାର ପ୍ରଥମ ଜ୍ୟୋତିର୍ବିଜ୍ଞାନୀ ଶତାନନ୍ଦାଚାର୍ଯ୍ୟଙ୍କ ଠାରୁ ଚଳିଆସୁଥିବାର ଅନୁମାନ କରାଯାଏ ।
ସୁମନ ମହାରଣା ଜଣେ ଓଡ଼ିଆ କଥାଚିତ୍ର ଏବଂ ଦୂରଦର୍ଶନ ଅଭିନେତା । ସେ ମୁଖ୍ୟତଃ ହାସ୍ୟ କଳାକାର ଭାବରେ ପରିଚିତ । ସେ ୨୦୦୪ ମସିହାରେ ଓଡ଼ିଆ କଥାଚିତ୍ର କଣ୍ଢେଇ ଆଖିରେ ଲୁହ ଜରିଆରେ ଜଣେ ଶିଶୁ କଳାକାର ଭାବରେ ଅଭିନୟ ଆରମ୍ଭ କରିଥିଲେ । ସୁମନ ତାଙ୍କର ପ୍ରଥମ କଥାଚିତ୍ର ପାଇଁ ଶ୍ରେଷ୍ଠ ଶିଶୁ କଳାକାର ପୁରସ୍କାର ପାଇଥିଲେ ଏବଂ କଥାଚିତ୍ର ଲକ୍ଷ୍ମୀ ପ୍ରତିମା ପାଇଁ ଶ୍ରେଷ୍ଠ ହାସ୍ୟ ଅଭିନେତା ପୁରସ୍କାର ପାଇଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ସୂର୍ଯ୍ୟଙ୍କର ଏକ ରାଶିରୁ ଅନ୍ୟରାଶି ଗମନକୁ ସଂକ୍ରାନ୍ତି କହନ୍ତି । ଅମାବାସ୍ୟା ଓ ପୂର୍ଣ୍ଣିମାକୁ ଧରି ଚନ୍ଦ୍ରଙ୍କ କ୍ଷୟବୃଦ୍ଧି ସହିତ ଚାନ୍ଦମାନ ଓ ସଂକ୍ରାନ୍ତି କଳାରେ ସୌରମାନ ମାସ ଆମର ପଞ୍ଜିକାରେ ଅନ୍ତର୍ଭୁକ୍ତ । ଅମାବାସ୍ୟା ଓ ପୂର୍ଣ୍ଣିମା ଚନ୍ଦ୍ର ଦର୍ଶନ ଯୋଗୁଁ ପ୍ରତ୍ୟକ୍ଷରେ ଉପଲବ୍ଧ କରିହୁଏ; କିନ୍ତୁ ସୂର୍ଯ୍ୟଙ୍କ ଗତି ଯୋଗୁଁ ଦିନ ରାତି ଏବଂ ଋତୁମାନଙ୍କର ପରିବର୍ତ୍ତନ ହୁଏ । ପ୍ରତି ଇଂରାଜୀ ମାସର ତା୧୩ରିଖ ଠାରୁ ତା୧୫ରିଖ ମଧ୍ୟରେ ସୂର୍ଯ୍ୟ ଗୋଟିଏ ରାଶିରୁ ଅନ୍ୟ ଏକ ରାଶିକୁ ଗମନ କରିବା ଯୋଗୁଁ ସୂର୍ଯ୍ୟଙ୍କର ସଂକ୍ରମଣ କ୍ରିୟା ବା ସଂକ୍ରାନ୍ତି ହୁଏ । ତେଣୁ ସୂର୍ଯ୍ୟଙ୍କ ଅୟନ କ୍ରମେ ସେହି ସଂକ୍ରାନ୍ତିଗୁଡିକ ନାମିତ ହୋଇଥାନ୍ତି । ଏହିପରି ସୌରମାନ ମାସଗୁଡ଼ିକୁ ଇଂରାଜୀ ମାସିକ ପଞ୍ଜିକା ଅନୁସାରେ ଗଣନା କରାଯାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ହାଲୋଥେନ (ଇଂରାଜୀ ଭାଷାରେ Halothane, ବିକ୍ରୟ ନାମ Fluothane) ଏକ ସର୍ବାଙ୍ଗ ନିଶ୍ଚେତକ (general anesthetic) । ନିଶ୍ଚେତନ (anaesthesia) ଆରମ୍ଭ କରିବାକୁ ବା ଚାଲୁ ରଖିବାକୁ ଏହା ବ୍ୟବହାର କରାଯାଇପାରେ । ଏହାର ଅନେକ ସୁବିଧା ମଧ୍ୟରେ ଅଧିକ ଲାଳ (saliva) ତିଆରି ନ କରିବା ଏକ ମୂଖ୍ୟ ସୁବିଧା ଯାହା ଇନଟ୍ୟୁବେସନ (intubate, ଶ୍ୱାସନଳୀରେ ନଳି ଭର୍ତ୍ତି କରିବା) ନିମନ୍ତେ ସୁବିଧା ହୁଏ । ଆଘ୍ରାଣ (inhalation) ମାଧ୍ୟମରେ ଏହା ଦିଆଯାଏ ।
ଭୁବନେଶ୍ଵର ଭୁବନେଶ୍ଵର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ଵର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ଵର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ଵାରା ବିଶେଷ ଆଦୃତ ହୋଇଅଛି ।
ଦଣ୍ଡନାଚ ଓଡ଼ିଶାର ଏକ ପ୍ରାଚୀନ ଓ ପାରମ୍ପରିକ ନାଚ । ଏହା ଗଞ୍ଜାମ ଜିଲ୍ଲାର ଏକ ଲୋକ ପର୍ବ। ଏହା ଗ୍ରାମାଞ୍ଚଳରେ ଏହା କାମନା ଦଣ୍ଡ ଭାବେ ପରିଚିତ। ଏହି ନୃତ୍ୟ ଧର୍ମିୟ ଧାରଣା ଏବଂ ଈଶ୍ଵର ବିଶ୍ଵାସ ଉପରେ ପ୍ରତିଷ୍ଠିତ । ନାଟକର ସୃଷ୍ଟି କେବେ ଓ କିଭଳି ହେଲା ତାହା ରହସ୍ୟମୟ । ତେବେ ଆଧୁନିକ ନାଟକ ସୃଷ୍ଟିର ବହୁ ପୂର୍ବରୁ ଲୋକନାଟକ ଗୁଡିକ ସୃଷ୍ଟି ହୋଇଥିବା ବିଷୟକୁ ଅସ୍ବୀକାର କରାଯାଇ ନପାରେ । କାରଣ ବେଦ, ଭରତମୁନିଙ୍କ ନାଟ୍ୟଶାସ୍ତ୍ର,ବୌଦ୍ଧ ନିକାୟ,ପାଣିନି,କୃଶାଶ୍ବ ଓ ବିଭିନ୍ନ ପୌରାଣିକ ଗ୍ରନ୍ଥରୁ ଲୋକନାଚକ ସମ୍ପର୍କରେ ସଂକେତ ମିଳିଥାଏ । ଲୋକନାଟକ ଗୁଡିକର ବର୍ହିଲକ୍ଷ ଓ ଅନ୍ତର୍ଲକ୍ଷ ହେଉଛି ଶିକ୍ଷା ପ୍ରଦାନ । ଜନଜୀବନର କାହାଣୀକୁ ବା ଲୋକବୃତ୍ତକୁ ବିଶ୍ବସ୍ତ ଭାବେ ଉପସ୍ଥାପିତ କରିବା ଲୋକନାଟକର ଅନ୍ୟ ଏକ ଲକ୍ଷ । ନାଟକ ହେଉଛି ଦୃଶ୍ୟକାବ୍ୟ ଓ କାବ୍ୟମାନଙ୍କ ମଧ୍ୟରେ ଶ୍ରେଷ୍ଠ । ନାଟକର ସ୍ରଷ୍ଟା ନାଟ୍ୟ ଶିଳ୍ପିର ମାୟାଜାଲ ବିସ୍ତାର କରି ଦର୍ଶକର ଚିତ୍ତ ବିନୋଦନ ସହିତ ସତ୍ୟ ,ଶିବ ଓ ମଙ୍ଗଳର ଜୟଗାନପାଇଁ ଆହ୍ବାନ ଦେଇଥାନ୍ତି । ଲୋକ ନାଟକର ସୃଷ୍ଟି ଉତ୍ସ ସମ୍ପର୍କରେ କେତେଗୁଡିଏ ତଥ୍ୟ ହେଲା । ସେଗୁଡିକ ହେଲା :୧-ପ୍ରକୃତି ପ୍ରଭାବ,୨-ଧର୍ମ ଟିନ୍ତନ,୩-କୃଷି ସଭ୍ୟତା,୪-ସାମରିକ ପରମ୍ପରା,୫- କାରୁକଳା,୬-ଆଦିବାସୀ ଓ ଓଡଶୀ ନୃତ୍ୟ ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ ପ୍ରତିବର୍ଷ ୨୨ଟି ବେଶ ସମ୍ପନ୍ନ ହେଲା ବେଳେ ଅନ୍ୟ ଦୁଇଟି ବେଶ ବିରଳ ମୂହୁର୍ତ୍ତରେ ସମ୍ପନ୍ନ ହୋଇଥାଏ । ଏହି ଦୁଇଟି ବିରଳ ବେଶ ହେଲା ରଘୁନାଥ ବେଶ ଓ ନାଗାର୍ଜୁନ ବେଶ । ଅନେକ ବର୍ଷ ଧରି ରଘୁନାଥ ବେଶ ଆଉହୋଇନଥିଲା ବେଳେ ୧୯୯୪ ମସିହା ପରେ ଆଉ ନାଗାର୍ଜୁନ ବେଶ ଯୋଗ ପଡ଼ିନାହିଁ । ଏ ସବୁ ବେଶ ମଧ୍ୟରୁ କେତେକ ବେଶରେ ମହାପ୍ରଭୁ ଜଗନ୍ନାଥଙ୍କ ପୋଷାକ କେବଳ ବଦଳୁଥିବା ବେଳେ ଆଉ କେତେକ କ୍ଷେତ୍ରରେ ତାଙ୍କର ଅବତାର ବଦଳିଯାଇଥାଏ, ଯଥା କେତେବେଳେ ସେ ବିଷ୍ଣୁ ତ ଆଉ କେତେବେଳେ ନୃସିଂହ ବେଶ ଧାରଣ କରିଥାନ୍ତି । ପୁଣି ମହାପ୍ରଭୁମାନଙ୍କ ସବୁଯାକ ବେଶରେ ଜଗନ୍ନାଥ ମୁଖ୍ୟ ଭୂମିକାରେ ରହୁଥିବା ବେଳେ କେବଳ ପ୍ରଳମ୍ବାସୁରବଧ ବେଶରେ ବଳଭଦ୍ର ମୂଖ୍ୟ ଭୂମିକା ଗ୍ରହଣ କରନ୍ତି । ଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ କେତେକ ବେଶ ବର୍ଷକରେ ଏକାଧିକବାର ସଂପନ୍ନ ହୋଇଥାଏ । ଯଥା : - ସୁନାବେଶ ପ୍ରାୟ ପାଞ୍ଚ ଥର ଓ ଶ୍ରାଦ୍ଧ ବେଶ ତିନିଥର ସଂପନ୍ନ ହୋଇଥାଏ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ସଂସାରରେ ଅନେକ ପ୍ରକାରର ବନସ୍ପତି ରହିଅଛି । ସେ ସବୁକୁ ମୁଖ୍ୟତଃ ତିନି ଭାଗରେ ବିଭକ୍ତ କରାଯାଇପାରେ । ପ୍ରଥମ ପ୍ରକାର ବନସ୍ପତି ଜାଳେଣି, ସାର ବା କେତେକ ଉପକରଣ ତିଆରି କାମରେ ଲାଗେ, ଦ୍ଵିତୀୟ ପ୍ରକାର ବନସ୍ପତି ମଣିଷ ଓ ଇତର ପ୍ରାଣୀମାନଙ୍କର ଖାଦ୍ୟ ହୋଇଥାଏ ଓ ଆଉ କିଛି ଗଛଲତା ବିଭିନ୍ନ ପ୍ରକାର ରୋଗର ନିରାମୟ ଓ ନିରାକରଣରେ ବ୍ୟବହୃତ ହୋଇଥାଏ । ତେବେ ଏମିତି ଅନେକ ବନସ୍ପତି ରହିଛି ଯାହାର ଏକାଧିକ ଉପଯୋଗ ରହିଥାଏ । ନିମ୍ନସ୍ଥ ତାଲିକାରେ ଥିବା ଗଛଲତା ଗୁଡିକର ଅଂଶବିଶେଷକୁ ଔଷଧ ଭାବେ ଉପଯୋଗ କରାଯାଇଥାଏ ।
ଗୋପପୁର ରାମଚନ୍ଦ୍ର ବେହେରାଙ୍କ ରଚିତ ଏକ ଗଳ୍ପ ସଙ୍କଳନ । କଥାକାର ରାମଚନ୍ଦ୍ର ବେହେରାଙ୍କୁ ଏଥି ପାଇଁ ୨୦୦୫ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନିତ କରାଯାଇଥିଲା । ଗୋପପୁର ଭାରତୀୟ ପରମ୍ପରା ଓ ଚିନ୍ତା ମାନସରେ ଗଭୀର ପ୍ରତ୍ୟୟବୋଧ ଓ କଲ୍ୟାଣଚେତନାର ଏକ ମହତୀ ଭାବଭୂମି । ସମସ୍ତ ପରାଜୟର ଗ୍ଳାନି ଓ ମନୋଭାବକୁ ଅତିକ୍ରମ କରି ମଣିଷଯେ ବଞ୍ଚିରହିବ, ଆଲୋକ ଓ ଆନନ୍ଦର ଅଭିଳାଷୀ ହେବ- ଏହି ପ୍ରକାର ଏକ ଆଲୋକିତ ଆଶ୍ଵାସନା ଓ ଆତ୍ମିକ ଅନ୍ଵେଷାବୋଧ ଗୋପପୁରର ଗଳ୍ପ ମାନଙ୍କର ଅନ୍ତଃସ୍ଵର ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ଵରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି । ଗଣିତଜ୍ଞମାନେ ତର୍କ ସାହାଯ୍ୟରେ ସମସ୍ୟା ସମାଧାନ କରିଥାନ୍ତି । ଗଣିତଜ୍ଞମାନେ ଅନେକ ସମୟରେ ଅପସାରଣ ପଦ୍ଧତି ଅବଲମ୍ବନ କରନ୍ତି । ଉପଲବ୍ଧ ସତ୍ୟର ବ୍ୟବହାର କରି ନୂତନ ସତ୍ୟ ଆବିଷ୍କାର କରିବାର ବିଶେଷ ଉପାୟ ହେଉଛି ଅପସାରଣ । ଜଣେ ଗଣିତଜ୍ଞ ପାଇଁ, ଗୋଟିଏ ସତ୍ୟ ଓ ତାହାର କାରଣର ସତ୍ୟତା ଉଭୟ ଜରୁରୀ । ଅପସାରଣ ପଦ୍ଧତି ଅନ୍ୟ ଚିନ୍ତା ଓ ଗାଣିତିକ ଚିନ୍ତା ମଧ୍ୟରେ ପାର୍ଥକ୍ୟ ସୃଷ୍ଟି କରେ । ଗଣିତଜ୍ଞମାନେ ବିଭିନ୍ନ ବିଷୟରେ ସମାନତା ଅନୁଧ୍ୟାନ କରି ନୂତନ ସୂତ୍ର ସ୍ଥାପନ କରନ୍ତି । ଗାଣିତିକ ପ୍ରମାଣଦ୍ୱାରା ସେଗୁଡ଼ିକର ସତ୍ୟାସତ୍ୟ ନିର୍ଣୟ କରାଯାଏ । ଗାଣିତିକ ସମସ୍ୟାର ସମାଧାନ ପାଇଁ ବର୍ଷବର୍ଷ ଏପରିକି ଶତାବ୍ଦୀ ମଧ୍ୟ ବିତିଯାଏ । ଉନବିଂଶ ଶତାବ୍ଦୀରେ ଗିସେପ୍ପେ ପିନୋ (୧୮୫୮-୧୯୩୨), ଡେଭିଡ୍ ହିଲ୍ବର୍ଟ୍ (୧୮୬୨-୧୯୪୩) ଆଦିଙ୍କ ଉଲ୍ଲେଖନୀୟ କାର୍ଯ୍ୟ ପରେ, ପୂର୍ବପ୍ରମାଣିତ ସୂତ୍ରଦ୍ୱାରା ନୂତନ ସୂତ୍ରପାତ କରିବା ପ୍ରଥା ପ୍ରଚଳିତ ହୋଇଛି । ବାସ୍ତବ ପରିସ୍ଥିତିର ସଠିକ ଗାଣିତିକ ସୂତ୍ର ନିରୂପଣ ହେଲା ପରେ, ଗାଣିତିକ ତର୍କଦ୍ୱାରା ତାହାର ପୂର୍ବାନୁମାନ କରାଯାଇପାରେ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ନଟବର ସାମନ୍ତରାୟ (ଇଂରାଜୀ: Natabar Samantaray, /ˈnɵtɵbɵrɵ saːmɵntɵraːj/) ଜଣେ ଓଡ଼ିଆ ଲେଖକ ଓ ସାହିତ୍ୟ ସମୀକ୍ଷକ ଥିଲେ । ତାଙ୍କର କେତେକ ଜଣାଶୁଣା ସାହିତ୍ୟ-ଐତିହାସିକ ରଚନାବଳୀଗୁଡ଼ିକ ମଧ୍ୟରୁ ଓଡ଼ିଆ ସାହିତ୍ୟର ଇତିହାସ (୧୮୦୩-୧୯୨୦) , ଆଧୁନିକ ଓଡ଼ିଆ ସାହିତ୍ୟର ଭିତ୍ତିଭୂମି, ଏବଂ ବ୍ୟାସକବି ଫକୀରମୋହନ ଆଦି ପ୍ରମୁଖ । ତାଙ୍କ ସମୀକ୍ଷା ଲିଖନସବୁ ଜଣାଶୁଣା ଓଡ଼ିଆ ଲେଖକ ଫକୀରମୋହନ ସେନାପତି ଓ ରାଧାନାଥ ରାୟ ଆଦିଙ୍କ ରଚନା ଉପରେ ପର୍ଯ୍ୟବଶିତ । ତାଙ୍କ ଐତିହାସିକ ଗବେଷଣା ବ୍ରିଟିଶ ଶାସନ କାଳରେ ଉପକୂଳ ଓଡ଼ିଶା ଉପରେ ତାହାର ପ୍ରଭାବକୁ ନେଇ ୧୮୦୩ ମସିହାରୁ ୧୯୨୦ ମସିହା ଭିତରେ ପ୍ରକାଶିତ ପ୍ରମୁଖ ଓଡ଼ିଆ ରଚନାବଳୀ ଏବଂ ତାତ୍କାଳୀକ ଆଧୁନିକ ଓଡ଼ିଆ ସାହିତ୍ୟ ଉପରେ ବ୍ରିଟିଶ ଶାସନର ପ୍ରଭାବର ଏକ ସବିଶେଷ ବିଶ୍ଳେଶଣ ।
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ଵାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ପଖାଳ (ପଖାଳ ଭାତ ନାମରେ ମଧ୍ୟ ଜଣା) ଭାତରେ ପାଣି ମିଶାଇ ତିଆରି କରାଯାଉଥିବା ଏକ ଓଡ଼ିଆ ଖାଦ୍ୟ । ଏହା ଜଗନ୍ନାଥ ମନ୍ଦିରରେ ତିଆରି ଛପନ ଭୋଗ ଭିତରୁ ଏକ । ପଖାଳ ଖରା ଦିନରେ ଓଡ଼ିଆ ଘରମାନଙ୍କରେ ଦେହରୁ ତାତି କମାଇବା ପାଇଁ ତଥା ପେଟ ଗରମ ଓ ଦେହରେ ପାଣି କମିଯିବା ଭଳି ରୋଗର ପ୍ରତିକାର ନିମନ୍ତେ ଖିଆଯାଇଥାଏ । ଭାତକୁ ପାଣିରେ ପଖାଳି ତିଆରି କରାଯାଉଥିବାରୁ ଏହାକୁ ପଖାଳ କୁହାଯାଏ । ଏହାର ପାଣିକୁ ତୋରାଣି କୁହାଯାଏ । ପଖାଳ ଓଡ଼ିଶା ବ୍ୟତୀତ ଆସାମ, ପଶ୍ଚିମ ବଙ୍ଗ, ଝାଡ଼ଖଣ୍ଡ, ବିହାର ଓ ଛତିଶଗଡ଼ରେ ମଧ୍ୟ ପ୍ରଚଳିତ । ଆସାମରେ ଏହାକୁ "ପୋଇତା ଭାତ", ପଶ୍ଚିମ ବଙ୍ଗରେ "ପନ୍ତ ଭାତ", ଝାଡ଼ଖଣ୍ଡ ଓ ବିହାରରେ "ମାରା ଭାତ" ଓ ଛତିଶଗଡ଼ରେ ପଖାଳ ବା "ବୋରେ ଭାତ" କହନ୍ତି । ତାମିଲନାଡୁରେ ଏହା ବକାଳ ବାତ ନାମରେ ଜଣା । ସେଠାରେ ବିବାହ ଆଦି ମାଙ୍ଗଳିକ କାର୍ଯ୍ୟରେ ଏବେ ମଧ୍ୟ ପରଷା ଯାଏ । ପଖାଳ ସାଧାରଣତଃ ଦିନରେ (ସକାଳେ) ଖିଆଯାଏ । ଖରାଦିନରେ ଖରାବେଳେ, କେହି କେହି ଉପରଓଳି ମଧ୍ୟ ଖାଇଥାଆନ୍ତି ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣାଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URIଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URLଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ଦୟାନନ୍ଦ ସରସ୍ୱତୀ (ଖ୍ରୀ.ଅ ୧୮୨୪ - ୧୮୮୩) ଥିଲେ ଜଣେ ଲେଖକ, ସମାଜ ସଂସ୍କାରକ ଓ ଆର୍ଯ୍ୟ ସମାଜର ସଂସ୍ଥାପକ । ଦୟାନନ୍ଦ ସଂସ୍କୃତ ଓ ହିନ୍ଦୀ ଭାଷାରେ ପ୍ରଭାବଶାଳୀ ବକ୍ତା ଭାବେ ପରିଚିତ । ସେ କହୁଥିଲେ ମୃତ ବ୍ୟକ୍ତିକୁ ଶ୍ରାଦ୍ଧ ତର୍ପଣ ନଦେଇ ଜୀବିତ ପିତାମାତା ଓ ବୃଦ୍ଧ ବ୍ୟକ୍ତିକୁ ସେବା କରିବା ହେଲା ପିତୃଯଜ୍ଞ । ଫଳିତ ଜ୍ୟୋତିଷ, ସାମୁଦ୍ରିକ ବିଦ୍ୟା, ହସ୍ତରେଖା ଆଦି ଅଯଥାର୍ଥ ଓ ଅନାବଶ୍ୟକ କାମ । ଲୈାକିକ ବ୍ୟବହାରରେ ସାଧୁତା, ଯଥାର୍ଥ କର୍ମସାଧନା, କର୍ତ୍ତବ୍ୟ ପ୍ରତି ନିଷ୍ଠା ବଳରେ ପ୍ରାଣୀ ଫଳପ୍ରାପ୍ତ ହୁଅନ୍ତି ପ୍ରତିମା ପୂଜାଦେଇ ନୁହେଁ । ତାଙ୍କର ଉପଲବ୍ଧ ସତ୍ୟକୁ ପ୍ରତିପାଦିତ କରିବାକୁ ଯାଇ ସେ ଅପୌତ୍ତଳିକତା ଓ ନିଚ୍ଛକ ବୈଦିକ ସତ୍ୟର ଆଲୋଚନା ପାଇଁ ଆର୍ଯ୍ୟ ସମାଜ ସ୍ଥାପନ କରିଥିଲେ । ଆର୍ଯ୍ୟ ସମାଜ ଜରିଆରେ ଶିକ୍ଷାର ପ୍ରସାର କରାଇ ନାରୀକୁ ପୁରୁଷ ସହ ସମାନ ଅଧିକାର ଦେବାର ଯୁକ୍ତି ସେ ଦର୍ଶାଇଥିଲେ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଉଇକିପିଡ଼ିଆ' (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା ୱେବକୁ ନେଇ ତିଆରି ମିଳିତ ବହୁଭାଷୀ ଜ୍ଞାନକୋଷ । ଏହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ପରିଚାଳିତ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର ଉଇକିଆଳିଙ୍କଦ୍ୱାରା ସମ୍ପାଦିତ । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦେଇ ବଦଳାଯାଇପାରିବ । ଉଇକିପିଡ଼ିଆ ୨୦୦୧ ମସିହାରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦେଇ ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ । ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ଵାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨)ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ମସ୍ତିଷ୍କ ହେଉଛି ଏକ ଅଙ୍ଗ ଯାହା ସମସ୍ତ ମେରୁଦଣ୍ଡୀ ଓ ଅଧିକାଂଶ ଅମେରୁଦଣ୍ଡୀ ପ୍ରାଣୀମାନଙ୍କରେ ସ୍ନାୟୁ ତନ୍ତ୍ରର କେନ୍ଦ୍ର। କେବଳ କେତେକ ଅମେରୁଦଣ୍ଡୀ ପ୍ରାଣୀ ଯଥା ସ୍ପଞ୍ଜ, ଜେଲିଫିଶ, ଷ୍ଟାରଫିଶ ଆଦିଙ୍କରେ ମସ୍ତିଷ୍କ ନଥାଏ । ମସ୍ତିଷ୍କ ମୁଣ୍ଡରେ ଅନ୍ୟାନ୍ୟ ସମ୍ୱେଦକ ଅଙ୍ଗ ଯଥା ଦୃଷ୍ଟି, ଶ୍ରବଣ, ସ୍ୱାଦ ଆଦି ନିକଟରେ ରହିଛି । ଏହା ଶରୀର ସବୁଠୁ ଜଟିଳ ଅଙ୍ଗ । ମସ୍ତିଷ୍କର ସବୁଠୁ ବଡ ଅଂଶ ହେଉଛି ପ୍ରମସ୍ତିଷ୍କ (cerebral cortex) ଯେଉଁଥିରେ ୧୫୦୦-୩୩୦୦ କୋଟି ନ୍ୟୁରନ ବା ସ୍ନାୟୁ କୋଷିକା ରହିଛି। ଏହି କୋଷିକା ଗୁଡିକ ସିନାପ୍ସ ମାଧ୍ୟମରେ ଅନ୍ୟ ସ୍ନାୟୁ କୋଷିକାମାନଙ୍କ ସହ ସଂଯୁକ୍ତ । ମସ୍ତିଷ୍କ ଉପରେ ବୈଜ୍ଞାନିକ ମାନେ ବହୁତ ଗବେଷଣା କରିଛନ୍ତି ।
ଏ କେ ରାମାନୁଜନ୍ (୧୬ ମାର୍ଚ୍ଚ ୧୯୨୯ - ୧୩ ଜୁଲାଇ ୧୯୯୩) ଜଣେ ଭାରତୀୟ କବି ଓ ଶାସ୍ତ୍ରଜ୍ଞ । ଭାରତୀୟ ସାହିତ୍ୟର ଚର୍ଚ୍ଚରେ ତାଙ୍କର ଗଭୀର ପ୍ରବେଶ ଥିଲା । ସେ ଉଭୟ ଇଂରାଜୀ ଓ କନ୍ନଡ଼ ଭାଷାରେ ଲେଖାଲେଖି କରୁଥିଲେ । ସେ ଜଣେ ବହୁମୁଖି ପ୍ରତିଭା ଥିଲେ । କବିତା ଲେଖିବା ଓ ଶାସ୍ତ୍ର ଚର୍ଚ୍ଚା କରିବା ଛଡା ଭାଷାବିଜ୍ଞାନ, ଲେକସାହିତ୍ୟ, ଅନୁବାଦ ଓ ନାଟକ ରଚନା କ୍ଷେତ୍ରରେ ତାଙ୍କର ପ୍ରବେଶ ଥିଲା । ତାଙ୍କର ଏକାଡେମିକ୍ ଗବେଷଣା ପାଞ୍ଚଟି ଭାଷା ସାହିତ୍ୟ - ଇଂରାଜୀ, କନ୍ନଡ଼, ତାମିଲ, ତେଲଗୁ ଓ ସଂସ୍କୃତ -ରେ ବ୍ୟାପ୍ତ ଥିଲା । ସେ ଏହି ସାହିତ୍ୟ ଗୁଡ଼ିକର ଉଭୟ ଶାସ୍ତ୍ରୀୟ ଓ ଆଧୁନିକ ବିଭାବ ମାନଙ୍କର ଉପରେ ଲେଖା ପ୍ରକାଶିତ କରିଥିଲେ । ସେ ସ୍ଥାନୀୟ, ଅଣ-ମାନକ ଉପଭାଷାଗୁଡ଼ିକୁ ଉପଯୁକ୍ତ ଗୁରୁତ୍ତ୍ୱ ଦେବା ପାଇଁ ତର୍କ କରୁଥିଲେ । ଯଦିଓ ସେ ବହୁସ୍ରାବୀ ଥିଲେ ଓ ବହୁ ଜନ୍ରାରେ କାମ କରିଥିଲେ, ତାଙ୍କର କବିତାଗୁଡ଼ିକ ଏବେ ମଧ୍ୟ ନିଜର ଆଶ୍ଚର୍ଯ୍ୟଜନକ ମୌଳିକତା, ପରିଷ୍କରଣ ଓ ହୃଦୟସ୍ପର୍ଶୀ କଳାତ୍ମକତା ପାଇଁ ଆମ ସ୍ମୃତିରେ ଭାସି ବୁଲନ୍ତି । ତାଙ୍କୁ ୧୯୯୯ ମସିହାରେ କବିତା ଗ୍ରନ୍ଥ "ଦ କଲେକ୍ଟେଡ୍ ପୋଏମ୍ସ୍" ପାଇଁ ମରଣୋତ୍ତର ଭାବରେ ସାହିତ୍ୟ ଏକାଡେମୀ ସମ୍ମାନ ଦିଆଯାଇଥିଲା ।
ତୁ ମୋ ହିରୋ, ୨୦୧୭ ଦୀପାବଳୀରେ ମୁକ୍ତିଲାଭ କରିବାକୁ ଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଶ୍ରୀନିବାସ ରାଓ । ଦିଲୀପ ପଣ୍ଡା ଏହି କଥାଚିତ୍ରଟିର କାହାଣୀ, ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ । ଡଃ ରଜନୀ ରଞ୍ଜନ କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ବୈଦ୍ୟନାଥ ଦାଶ ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ । ଡଃ ନିର୍ମଳ ନାୟକ, ଜୟନ୍ତ ଦାସ, ଅରୁଣ ମନ୍ତ୍ରୀ, ବାପୁ ଗୋସ୍ୱାମୀ, ବିଜୟ ମଲ୍ଲ ଆଦି ଗୀତିକାରମାନେ ଏହି କଥାଚିତ୍ରଟିର ଗୀତଗୁଡ଼ିକ ରଚନା କରିଥିଲେ । ହ୍ୟୁମାନ ସାଗର, ତାରିକ୍ ଅଜିଜ୍, ସତ୍ୟଜିତ, ଅସୀମା ପଣ୍ଡା, ପ୍ରଜ୍ଞା ହୋତା, ଅନନ୍ୟା ଶ୍ରୀତମ ନନ୍ଦ, ଶୋଭା ଆଦି କଣ୍ଠଶିଳ୍ପୀମାନେ ଏହି କଥାଚିତ୍ରଟିର ଗୀତଗୁଡ଼ିକ ଗାଇଥିଲେ ।
ପୌରାଣିକ ମତେ ହନୁମାନ ସୁଗ୍ରୀବଙ୍କ ଭଣଜା ଓ ରାମଚନ୍ଦ୍ରଙ୍କ ଶ୍ରେଷ୍ଠ ଭକ୍ତଭାବେ ପରିଚିତ । ଏହାଙ୍କ ମାତାଙ୍କ ନାମ ଅଞ୍ଜନା; ଏ ବାୟୁଦେବତାଙ୍କ ପୁତ୍ର । ଏ ପ୍ରଥମେ ବାଳିଙ୍କର ସେନାପତି ଥିଲେ, ପରେ ବାଳିଙ୍କର ରାଜ୍ୟରୁ ବିତାଡ଼ନ ପରେ ଏ ସୁଗ୍ରୀବଙ୍କର ପାରିଷଦ ହେଲେ ସୀତାହରଣ ପରେ ରାମଚନ୍ଦ୍ରଙ୍କର ସୁଗ୍ରୀବଙ୍କ ସଙ୍ଗେ ମିତ୍ରତା ହେବାରୁ ଏ ସୀତାଙ୍କୁ ଠାବ କରିବାକୁ ଦୂତରୂପେ ଦକ୍ଷିଣକୁ ଯାଇ ଲଙ୍କାରେ ଅଶୋକବନରେ ସୀତାଙ୍କୁ ଠାବ କରି, ତାଙ୍କୁ ଶ୍ରୀରାମଙ୍କ ସଂବାଦ ଦେଇ, ତାଙ୍କଠାରୁ ଲେଉଟ ସଂବାଦ ଓ ସଂଙ୍କେତ ଆଣି ଶ୍ରୀରାମଙ୍କୁ ଦେଇଥିଲେ । ଏ ଅତ୍ୟନ୍ତ ବଳଶାଳୀ ଥିଲେ ଓ ଭାରତବର୍ଷରୁ ଲଙ୍କାକୁ ଡେଇଁଥିଲେ ଲକ୍ଷ୍ମଣଙ୍କ ଶକ୍ତିଭେଦ ହେବାରୁ ଏ ଅମରଔଷଧି ଆଣିବାକୁ ଯାଇ ଗନ୍ଧମାର୍ଦ୍ଦନ ପର୍ବତକୁ ଉପାଡ଼ି ନିଜ ମୁଣ୍ଡରେ ବୋହି ଲଙ୍କାଠାକୁ ଆଣିବାରୁ ଲକ୍ଷ୍ମଣଙ୍କର ପ୍ରାଣରକ୍ଷା ହେଲା । ଏ ରାବଣଙ୍କ ରାକ୍ଷସ ସେନା ସଙ୍ଗେ ଖୁବ୍ ବୀରତା ସହକାରେ ୟୁଦ୍ଧ କରି ଥିଲେ ରାମଚନ୍ଦ୍ର ଦେହ ତ୍ୟାଗ କରିବା ସମଯରେ ଏହାଙ୍କୁ ଅମରବର ଦେଇଥିଲେ । କଥିତ ଅଛି ଯେ, ଲଙ୍କା ପୋଡ଼ିବା ପରେ ହନୁମାନ୍ ନିଜ ଲାଙ୍ଗୁଡ଼ରେ ଜଳୁଥିବା ନିଆଁକୁ ହାତରେ ଓ ଗୋଡ଼ରେ ମଳି ଲିଭାଇ ଦେଇ ସେହି କରତଳକୁ ମୁଁହରେ ବୋଳି ଦେବାରୁ ତାଙ୍କ ମୁହଁ କଳା ପଡ଼ିଗଲା ଓ ତଦବଧି ତାଙ୍କ ବଂଶଧରମାନେ (ହନୁମାଙ୍କଡ଼) ମୁହଁପୋଡ଼ା ବାନ୍ଦର ହେଲେ । ଦ୍ଵାପର ଯୁଗରେ ଭୀମଙ୍କ ସଙ୍ଗେ ଗନ୍ଧମାର୍ଦ୍ଦନ ପର୍ବତରେ ଏହାଙ୍କର ଭେଟ ହୋଇଥିଲା । ହିନ୍ଦୁମାନେ ଏହାଙ୍କୁ 'ମହାବୀର' ଠାକୁର ରୁପରେ ପୁଜା କରନ୍ତି ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ଗଣିତ ଓ ପ୍ରୟୋଗ ପ୍ରତିଷ୍ଠାନ (ଇଂରାଜୀ: Institute of Mathematics and Applications ବା IMA), ଭୁବନେଶ୍ଵର, ଓଡ଼ିଶା ସରକାରଙ୍କଦ୍ଵାରା 1999 ମସିହାରେ ପ୍ରତିଷ୍ଠିତ ଏକ ଶିକ୍ଷା ଅନୁଷ୍ଠାନ ଅଟେ । ଏହାର ଦୁଇଟି ମୂଳ ଉଦ୍ଦେଶ୍ୟ ହେଲା ପ୍ରୟୋଗାତ୍ମକ ଓ ଶୁଦ୍ଧ ଗଣିତଶାସ୍ତ୍ର ଉପରେ ଉଚ୍ଚତର ଗବେଷଣା ଏବଂ ଗଣିତରେ(mathematics, computation and computational finance) ସ୍ନାତକୋତ୍ତର ଶିକ୍ଷା ପ୍ରଦାନ । ଗଣିତ ବିଷୟରେ ଆଗ୍ରହ ସୃଷ୍ଟି ନିମନ୍ତେ ଏହି ଅନୁଷ୍ଠାନ ବିଭିନ୍ନ ବିଦ୍ୟାଳୟରେ ତାଲିମ କାର୍ଯ୍ୟକ୍ରମ କରିଥାଏ ଓ ଗଣିତ ଅଲମ୍ପିଆଡ(Mathematics Olympiads) ଆୟୋଜନ ମଧ୍ୟ କରିଥାଏ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଭାରତରେ ପ୍ରଚଳିତ ଶାସ୍ତ୍ରୀୟ ନୃତ୍ୟମାନଙ୍କ ମଧ୍ୟରୁ ଓଡ଼ିଶୀ ନୃତ୍ୟ ଅନ୍ୟତମ । ଏହାର ପରମ୍ପରା ଅତି ପ୍ରାଚୀନ । ଖାରବେଳଙ୍କ ସମୟରେ ଖୋତିତ ରାଣୀଗୁମ୍ଫା,ସ୍ଵର୍ଗପୁରୀ ଓ ମଞ୍ଚପୁରୀ ଗୁମ୍ଫାର ଗାତ୍ରରେ ଦେଖିବାକୁ ମିଳୁଥିବା ନର୍ତ୍ତକୀମାନଙ୍କର ପ୍ରତିମା ତଥା ହାତୀଗୁମ୍ଫା ଅଭିଲେଖରେ ବର୍ଣ୍ଣିତ ନୃତ୍ୟ ଓଡ଼ିଶୀନୃତ୍ୟର ପ୍ରାଚୀନତା ପ୍ରତିପାଦନ କରେ । ଭରତଙ୍କ ନାଟ୍ୟଶାସ୍ତ୍ରରେ ଉଲ୍ଲିଖିତ କଳିଙ୍ଗ ନୃତ୍ୟ ଶୈଳୀ ଓଡ଼ିଶୀ ନୃତ୍ୟର ସ୍ଵାତନ୍ତ୍ରତା ପ୍ରମାଣିତ କରେ । ଭୁବନେଶ୍ଵରର ପର୍ଶୁରାମେଶ୍ଵର ମନ୍ଦିର,ବୈତାଳ ମନ୍ଦିର,ଶିଶିରେଶ୍ଵର ମନ୍ଦିର, ମାର୍କଣ୍ଡେଶ୍ଵର ମନ୍ଦିର,ମୁକ୍ତେଶ୍ଵର ମନ୍ଦିର, ରାଜରାଣୀ ମନ୍ଦିର,ଲିଙ୍ଗରାଜ ମନ୍ଦିର, ମେଘେଶ୍ଵର ମନ୍ଦିର ପ୍ରଭୃତି, ପୁରୀର ଜଗନ୍ନାଥ ମନ୍ଦିର ଏବଂ କୋଣାର୍କ ସୂର୍ଯ୍ୟମନ୍ଦିରର ବର୍ହିଭାଗରେ ଖୋଦିତ ନର୍ତ୍ତକୀ ଓ ନାୟିକାମାନଙ୍କର ଅଙ୍ଗଭଙ୍ଗୀ ଓ ମୁଦ୍ରାରୁ ଓଡ଼ିଶୀ ନୃତ୍ୟର ପରମ୍ପରା ସମୃଦ୍ଧ ହୋଇଥିବା ଜଣାଯାଏ । ପରବର୍ତ୍ତୀ କାଳରେ ଏହି ନୃତ୍ୟ ଦେବଦାସୀ ନୃତ୍ୟ (ମାହାରୀ) ଓ ଗୋଟିପୁଅମାନଙ୍କଦ୍ଵାରା ପରିବେଷିତ ହୋଇ ଆସୁଥିଲା । ଆମଦେଶ ସ୍ଵାଧୀନ ହେବା ପରେ ଏହି ନୃତ୍ୟ ପରମ୍ପରାର ପୁନରୁଦ୍ଧାର କରାଯାଇ ଓଡ଼ିଶୀ ନାମରେ ନାମିତ କରାଗଲା ଓ ଏହା ଶାସ୍ତ୍ରୀୟ ନୃତ୍ୟର ମର୍ଯ୍ୟାଦା ଲାଭ କଲା । ଏହି ଉଦ୍ୟମରେ ସାର୍ଥକତା ଲାଭକରିଥିବା ବ୍ୟକ୍ତିମାନକ ମଧ୍ୟରୁ କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକ, ନୃତ୍ୟଗୁରୁ ପଙ୍କଜଚରଣ ଦାସ, ଦେବପ୍ରସାଦ ଦାସ ଓ କେଳୁଚରଣ ମହାପାତ୍ର ଅନ୍ୟତମ ।
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
କମ୍ପ୍ୟୁଟରରେ ଯେଉଁ କି-ବୋର୍ଡ଼ ବ୍ୟବହାର ହୁଏ ତାହା ଦେଖିବାକୁ ପୁରା ଟାଇପ ରାଇଟରର କି-ବୋର୍ଡ଼ ଭଳି । କି-ବୋର୍ଡ଼କୁ ଓଡ଼ିଆରେ କୁଞ୍ଚିପଟା କୁହାଯାଇଥାଏ । ଏହାକୁ ସାଧାରଣତଃ "କ୍ଵେରଟି"(QWERTY) କି-ବୋର୍ଡ଼ କୁହାଯାଏ କାରଣ ଏହାର ଅକ୍ଷର କୁଞ୍ଚି ଗୁଡ଼ିକ ଇଂରାଜୀ ଅକ୍ଷର Q,W,E,R,T,Yରୁ ଆରମ୍ଭ ହଉଛି । କି-ବୋର୍ଡ଼ ଅନେକ ଗୁଡ଼ିଏ "କି"(Key) ବା କୁଞ୍ଚିର ସମାହାର । ଏହା କମ୍ପ୍ୟୁଟରକୁ ଯାନ୍ତ୍ରୀକ ଯକୃତ(Mechanical Lever) ଭାବେ ବୈଦ୍ୟୁତିକ ସୁଇଚ (Electronic Switch)ଦ୍ଵାରା ପରିକଳିତ କରେ । ଏହା ମୋଟ ଉପରେ କମ୍ପ୍ୟୁଟର ପାଇଁ ଏକ ନିବେଶକାରୀ (Input) ଉପକରଣ ଅଟେ ।
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯)
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯) ୨୦୧୫ରେ ପ୍ରକାଶିତ ଏକ ଓଡ଼ିଆ ବହି । ଏଥିରେ ୧୯୩୬ରୁ ୧୯୬୯ ଭିତରେ ମୁକ୍ତିଲାଭ କରିଥିବା ଓଡ଼ିଆ ସିନେମା ସଂଗୀତ ସଂକଳିତ । ଏହା ସାମ୍ବାଦିକ ଓ ଓଡ଼ିଆ ଚଳଚ୍ଚିତ୍ର ସଂରକ୍ଷକ ସୂର୍ଯ୍ୟ ଦେଓଙ୍କଦ୍ୱାରା ସଂକଳିତ । ଏଥିରେ ଚଳଚ୍ଚିତ୍ର ସମ୍ପୂର୍ଣ୍ଣ ସଙ୍ଗୀତ ସହ ସେସବୁର ବିବରଣୀ, ସଂଗୀତକାର ଓ ଗୀତିକାରଙ୍କ ସମ୍ବନ୍ଧରେ ସଂକ୍ଷିପ୍ତ ପରିଚୟ ଏବଂ ଚଳଚ୍ଚିତ୍ର ସଙ୍ଗୀତର ପରଦା ପଛର କାହାଣୀ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱର ସ୍ଥିତ ସୃଜନଦ୍ୱାରା ୨୦୧୫ ମସିହାରେ ମେ ୨୩ ତାରିଖରେ ପ୍ରଥମେ ପ୍ରକାଶିତ ହୋଇଥିଲା । ଏଥିରେ ମନୋଜ ଦାସ, ମାୟାଧର ମାନସିଂହ, ଗୋଦାବରୀଶ ମହାପାତ୍ର, କୃଷ୍ଣପ୍ରସାଦ ବସୁ ଆଦି ଓଡ଼ିଆ ଲେଖକଙ୍କ ରଚନା ସ୍ଥାନୀତ ହୋଇଥିବା ଗୀତ ରହିଛି ।
ଗୋଟିଏ ସ୍ଵାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ଵାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ଵ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ । ତଥ୍ୟ ପୃଷ୍ଠାରେ ଯୋଡାଯାଇଥିବା ହାଇପରଲିଙ୍କ ଗୁଡିକ ବ୍ୟବହାରକାରୀକୁ ସହଜରେ ଅନ୍ୟ ଏକ ଇଣ୍ଟର୍ନେଟ ପୃଷ୍ଠାକୁ ଯିବାରେ ସାହାଯ୍ୟ କରିଥାଏ । ବର୍ତ୍ତମାନ ବିଶ୍ଵରେ କେତେକ ଲୋକପ୍ରିୟ ବ୍ରାଉଜର ହେଉଛନ୍ତି ଫାୟାର ଫକ୍ସ , ଗୁଗୁଲ , ଅପେରା , ସଫାରି ଇତ୍ୟାଦି ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ଶ୍ରୀମନ୍ଦିରର ସ୍ଵତଲିପି ମୁତାବକ ଶ୍ରୀବିଗ୍ରହମାନଙ୍କ ବଡ଼ସିଂହାର ବେଶ ହୋଇଥାଏ । ଜଗନ୍ନାଥ ମନ୍ଦିରରେ ବହୁ ପ୍ରାଚୀନ କାଳରୁ ଠାକୁରମାନେ ଦୈନନ୍ଦିନ ପ୍ରଥମେ ବସ୍ତ୍ର ଶୃଙ୍ଗାର, ଦ୍ଵିତୀୟରେ ଭୂଷଣ ଶୃଙ୍ଗାର ଓ ଶୟନ କାଳରେ ପୁଷ୍ପ ଶୃଙ୍ଗାରରେ ଭୂଷିତ ହୋଇଥାନ୍ତି । ବଡ଼ସିଂହାର ବେଶ ହେଉଛି ପୁଷ୍ପ ବେଶ । ନାନାଦି ପୁଷ୍ପାଳଙ୍କାରରେ ବିମଣ୍ଡିତ ଶ୍ରୀଜୀଉମାନଙ୍କ ଏହି ଆକର୍ଷଣୀୟ ବେଶ ମନଲୋଭା ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ଶିବ ବା ମହାଦେବ ହିନ୍ଦୁମାନଙ୍କ ଶ୍ରେଷ୍ଠ ଦେବତାତ୍ରୟଙ୍କ ମଧ୍ୟରୁ ଅନ୍ୟତମ ଓ ପରମେଶ୍ୱରଙ୍କ ସଂହାରଶକ୍ତି । ମହାଦେବଙ୍କୁ ଶକ୍ତିନିହିତ ଲିଙ୍ଗମୂର୍ତ୍ତିରେ ପୂଜା କରାଯାଏ । ତିନି ଗୋଟି ଆଖି, ପାଞ୍ଚ ଗୋଟି ମୁଖ, ବୃଷଭ ଏହାଙ୍କର ବାହାନ। ଅତ୍ରିମୁନି ଏହାଙ୍କର ଗୁରୁ । ସବୁପ୍ରକାର ଅସ୍ତ୍ରଶସ୍ତ୍ର ଚାଳନାରେ ଏ ଦକ୍ଷ । ତ୍ରିଶୁଳ ଏହାଙ୍କର ପ୍ରଧାନ ଆୟୁଧ। ଏହାଙ୍କ ଧନୁର ନାମ ପିନାକ । ଡମରୁ ଏହାଙ୍କ ବାଦ୍ୟ ।ଏହାଙ୍କର ତାଣ୍ଡବ ନୃତ୍ୟ ଅତି ଭୟଙ୍କର । ଏହାଙ୍କ ବାସ କୈଳାଶଶିଖର । ଏହାଙ୍କ ପରିଧାନ ବ୍ୟାଘ୍ରଚର୍ମ।ସର୍ପ ଏହାଙ୍କର କଟିବନ୍ଧ ଓ ଉତ୍ତରୀୟ । ଦେହ ଭସ୍ମ ବୋଳା, ମୁଣ୍ଡରେ ଜଟା ଓ ଜଟାରେ ଗଙ୍ଗା ପ୍ରବହମାନା । ନନ୍ଦୀ ଏହାଙ୍କ ପ୍ରଧାନ ପାର୍ଶ୍ୱଚର । ପ୍ରମଥଗଣ ବା ଭୁତପ୍ରେତ ଏହାଙ୍କର ସହଚର ।ପାର୍ବତୀ ହେଉଛନ୍ତି ଶିବଙ୍କ ଶକ୍ତି଼।ଶିବ ପରାଶକ୍ତିଦ୍ଵାରା ପ୍ରକାଶିତ ହୁଅନ୍ତି । ଅର୍ଥାତ ଶିବଙ୍କ ଜ୍ୟୋତି ହେଉଛି ପରାଶକ୍ତି
ଦୂରଦୃଷ୍ଟି (ଇଂରାଜୀ ଭାଷାରେ Far-sightedness, also known as hyperopia) ଏକ ମାନବ ଚକ୍ଷୁ (eye) ସମସ୍ୟା ଯେଉଁଥିରେ ଆଲୋକ ରଶ୍ମୀ ରେଟିନା (retina) ଉପରେ ଫୋକସ ନ ହୋଇ ତାହା ପଛରେ ଫୋକସ ହୁଏ । ଫଳରେ ପାଖରେ ଥିବା ବସ୍ତୁ ଝାପସା (blurry) ଦେଖାଯାଏ କିନ୍ତୁ ଦୂରରେ ଥିବା ବସ୍ତୁ ଠିକ ଦେଖାଯାଏ । ଏହା ଯୋଗୁ ମୁଣ୍ଡ ବିନ୍ଧା ଓ ଚକ୍ଷୁ ସମସ୍ୟା (eye strain) ହୁଏ । ଅନେକ ଲୋକଙ୍କର ଆକମୋଡେସନ ଅସୁବିଧା (Accommodative dysfunction), ଉଭୟ ଦୃଷ୍ଟି ଅସୁବିଧା (binocular dysfunction), ଦୃଷ୍ଟିମାନ୍ଦ୍ୟ (amblyopia), ଟେରା ଦୋଷ (strabismus) ଇତ୍ୟାଦି ଅସୁବିଧା ହୁଏ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ଵଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ତାରିଣୀ ମନ୍ଦିର ଓଡ଼ିଶାର କେନ୍ଦୁଝର ଜିଲ୍ଲାର ଘଟଗାଁରେ ଥିବା ଏକ ଠାକୁରାଣୀ ମନ୍ଦିର । ଏଠାକାର ଅଧିଷ୍ଠାତ୍ରୀ ଦେବୀ ତାରିଣୀ । ପ୍ରବାଦରେ ଅଛି ଘଟଗାଁଠାରେ ଥିବା ମା ତାରିଣୀ ମନ୍ଦିରକୁ ୧୪୮୦ ମସିହାରେ କେନ୍ଦୁଝରର ତତ୍କାଳୀନ ରାଜା ଗୋବିନ୍ଦ ଭଞ୍ଜଦେଓ ନିର୍ମାଣ କରେଇଥିଲେ । ପୁରୀର ତତ୍କାଳୀନ ଗଜପତି ମହାରାଜାଙ୍କ ଆଦେଶକ୍ରମେ ମା ତାରିଣୀ ନୂଆ ମନ୍ଦିର ଘଟଗାଁଠାରେ ଶକ୍ତିପୀଠ ଭାବରେ ସ୍ଥାପିତ ହେଇପାରିଥିଲା । ମା ତାରିଣୀଙ୍କଠାରେ ମନାସିକ କାଲେ ତାହା ନିଶ୍ଚୟ ପୂରଣ ହୁଏ ବୋଲି ଭକ୍ତଙ୍କ ବିଶ୍ବାସ ଥାଏ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଅଭୟ, ୨୦୧୭ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ତରଙ୍ଗ ସିନେ ପ୍ରଡକ୍ସନଦ୍ୱାରା ଏହି ଚଳଚ୍ଚିତ୍ରଟି ନିର୍ମିତ ହୋଇଥିଲା । ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ମୂରଲୀ କ୍ରିଷ୍ଣା । ୨୦୧୭ ରଜ ସମୟରେ ମୁକ୍ତିଲାଭ କରିଥିବା ଏହି ଚଳଚ୍ଚିତ୍ରଟିର ନାୟକ ଥିଲେ ଅନୁଭବ ମହାନ୍ତି ଏବଂ ନାୟିକା ଏଲିନା ସାମନ୍ତରାୟ । ଚଳଚ୍ଚିତ୍ରଟିରେ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ପ୍ରେମ ଆନନ୍ଦ ଏବଂ ହ୍ୟୁମାନ ସାଗର, ଅନନ୍ୟା ଶ୍ରୀତମ ନନ୍ଦ, ଦୀପ୍ତିରେଖା ପାଢ଼ୀ, ଲୋପାମୁଦ୍ରା ପ୍ରମୁଖ କଣ୍ଠଦାନ କରିଥିଲେ । ବସନ୍ତରାଜ ସାମଲ ଏବଂ ସୁବ୍ରତ ସ୍ୱାଇଁ ଏହି ଚଳଚ୍ଚିତ୍ରର ଗୀତଗୁଡ଼ିକ ଲେଖିଥିଲେ । ମନୋଜ ମିଶ୍ର, ମିହର ଦାସ, ଅଶ୍ରୁମୋଚନ ମହାନ୍ତି ପ୍ରମୁଖ ଏହି ଚଳଚ୍ଚିତ୍ରରେ ଅଭିନୟ କରିଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
କଲରାପତରିଆ ବାଘ (ହିନ୍ଦୀରେ तेन्दुआ, ଈଂରାଜୀରେ Leopard ବା Panther ଓ ଜୀବବିଜ୍ଞାନ ନାମ Panthera pardus) ବଡ଼ ବିଡ଼ାଳ (Felidae) ପରିବାରର ପାନ୍ଥେରା ବଂଶର ପାଞ୍ଚଟି ପ୍ରଜାତି ମଧ୍ୟରୁ ଏକ । ଆଫ୍ରିକା ଓ ଏସିଆ ମହାଦେଶରେ ବହୁଳ ସଂଖ୍ୟାରେ ପରିଲକ୍ଷିତ ହେଉଥିବା ଏହି ପ୍ରାଣୀକୁ IUCN ତାଲିକାରେ Vulnerable ଶ୍ରେଣୀରେ ସ୍ଥାନିତ କରାଯାଇଛି । ଅଧିବାସ କ୍ଷୟ ଓ ବିଖଣ୍ଡିତ ହେବା ଯୋଗୁଁ ହଂକଂ, ସିଙ୍ଗାପୁର, କୁୱେତ୍, ସିରିଆ, ଲିବ୍ୟା, ଟ୍ୟୁନିସିଆ ଆଦି ସ୍ଥାନରେ ଏମାନଙ୍କ ସଂଖ୍ୟା ବହୁ ପରିମାଣରେ ହ୍ରାସ ପାଇଛି ଏବଂ ମୋରୋକ୍କୋ ପରି ସ୍ଥାନରେ ଏମାନେ ଲୋପ ପାଇ ସାରିଲେଣି । ବର୍ତ୍ତମାନ ସମୟରେ କଲରାପତରିଆ ବାଘମାନେ ନିଜ ଅତୀତର ଭୌଗୋଳିକ ବ୍ୟାପ୍ତିର କେବଳ ୨୫% ଅଂଶରେ ସୀମିତ । ବହୁ କଲରାପତରିଆ ବାଘଙ୍କର ଅବୈଧ ଶିକାର କରାଯାଏ ଓ ଔଷଧ, ପୋଷାକ, ଚମଡ଼ା ପାଇଁ ଏମାନଙ୍କ ଦେହର ସମସ୍ତ ଅଂଶର ଚୋରା ବ୍ୟବସାୟ ଚାଲେ । ବଡ଼ ବିଡ଼ାଳ ପ୍ରଜାତିର ଅନ୍ୟ ପ୍ରାଣୀଙ୍କ ତୁଳନାରେ କଲରାପତରିଆ ବାଘଙ୍କ ଗୋଡ଼ଗୁଡ଼ିକ ଛୋଟ, ଶରୀର ଟିକେ ଲମ୍ଵା ଓ ମୁଣ୍ଡର ଖପୁରୀ ବଡ଼ । ଶରୀର ଗଠନରେ ଏମାନଙ୍କର ଜାଗୁଆରମାନଙ୍କ ସହିତ ଅନେକ ସାମଞ୍ଜସ୍ୟ ରହିଛି । ତେବେ କଲରାପତରିଆ ବାଘ ଜାଗୁଆର ଅପେକ୍ଷା ସାମାନ୍ୟ ଛୋଟ ଓ ଏହା ଦେହରେ ରହିଥିବା ଦାଗର ଆକାର ମଧ୍ୟ ଜାଗୁଆରର ଦେହର ଦାଗ ତୁଳନାରେ ଛୋଟ । କଲରାପତରିଆର ଦାଗ ଜାଗୁଆର ତୁଳନାରେ ଲାଗି ଲାଗି ହୋଇ ରହିଥାଏ । ଜାଗୁଆରର ପତ୍ରଦାଗର କେନ୍ଦ୍ରରେ ଆଉ ଏକ ଛୋଟ ଦାଗ ରହିଥାଏ ଯାହା କଲରାପତରିଆ ବାଘର ଦାଗରେ ଦେଖାଯାଇନଥାଏ । କିଛି ଜାଗୁଆର ଓ କଲରାପତରିଆ ବାଘଙ୍କ ଶରୀରରେ ମେଲାନିନ୍ ଆଧିକ୍ୟ ଦେଖାଦିଏ ଓ ସେମାନେ ସମ୍ପୂର୍ଣ୍ଣ କଳା ଦେଖାଯାନ୍ତି । ଏମାନଙ୍କୁ ବ୍ଲାକ୍ ପାନ୍ଥର୍ (କଳାବାଘ) ବୋଲି ମଧ୍ୟ କୁହାଯାଏ । କଲରାପତରିଆ ବାଘର ଚମଡ଼ାର ରଙ୍ଗ ଛଳାବରଣରେ ବହୁତ ସହାୟକ ହୁଏ । ଏମାନେ ନିଜର ଛଳାବରଣ, ଚତୁର ଶିକାର ଶୈଳୀ, ଶିକାରରେ ବିବିଧତା, ଯେକୌଣସି ଅଧିବାସରେ ଖାପଖୁଆଇ ରହିପାରିବା ଓ ପ୍ରବଳ ଶକ୍ତି (ଅନାୟାସରେ ନିଜ ଶିକାରକୁ ଦାନ୍ତରେ ଭିଡ଼ିଧରି ଗଛ ଚଢ଼ିବା) ପରି ଗୁଣ ଯୋଗୁଁ ବେଶ ପରିଚିତ । ଶୁଷ୍କ, ଆର୍ଦ୍ର, ଚିରହରିତ୍, ପର୍ଣ୍ଣମୋଚୀ, ପାର୍ବତୀୟ ଏପରି ଅନେକ ଜଙ୍ଗଲରେ ଏମାନେ ରୁହନ୍ତି । କଲରାପତରିଆ ବାଘମାନେ ୫୮ କି.ମି.