ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ବୈଶାଖ ଶୁକ୍ଳ ତୃତୀୟା ଦିନଟି ଅକ୍ଷୟ ତୃତୀୟା ଭାବେ ପରିଚିତ । ଏହି ଦିନକୁ ଔପଚାରିକ ଭାବେ ସରକାରୀ ସ୍ତରରେ କୃଷକ ଦିବସ ରୂପେ ପାଳନ କରାଯାଏ । କୃଷକମାନେ ଏହାକୁ ବଡ଼ ଶୁଦ୍ଧି ଓ ସିଦ୍ଧିର ଦିବସ ଭାବେ ପାଳନ କରିଥାନ୍ତି । କୃଷକ ଏହିଦିନ ଅମୃତ ବେଳାରେ ଅକ୍ଷିମୁଠି (ଅକ୍ଷୟମୁଠି) ଅନୁକୂଳ କରି କୃଷିକାର୍ଯ୍ୟର ଶୁଭାରମ୍ଭ କରିଥାଏ । ଶୁଭଦିନ ଭାବେ ମନେକରି ଏହିଦିନ ଗୃହନିର୍ମାଣ, ନିର୍ବନ୍ଧ, ବିବାହ, ଉପନୟନ ପ୍ରଭୃତି ଶୁଭକର୍ମ ଅନୁଷ୍ଠିତ ହୁଏ । ଚାଷୀ ନିଜ ସ୍ତ୍ରୀଠାରୁ ହଳଦୀ, ଚନ୍ଦନ, ସିନ୍ଦୂର ବୋଳା ଧାନ ବିହନପୂର୍ଣ୍ଣ ନୂଆ ଗଉଣିକୁ ଶଙ୍ଖ ହୁଳହୁଳି ମଧ୍ୟରେ ମୁଣ୍ଡରେ ଥୋଇ ଏବଂ ଅନ୍ୟ ଏକ ନୂତନ ଟୋକେଇରେ ପିଠା ନେଇ ହଳଲଙ୍ଗଳ ଧରି କ୍ଷେତକୁ ଯାଏ । ସେଠାରେ ଲକ୍ଷ୍ମୀ ଠାକୁରାଣୀଙ୍କୁ ଭୋଗଦେଇ ଉକ୍ତ ନୈବେଦ୍ୟ କିଆରୀର ଈଶାଣ କୋଣରେ ପୋତି ହଳ ବୁଲାଏ ଓ ମୁଠାମୁଠା ବିହନ କିଆରୀରେ ବୁଣେ । ଏହାକୁ ଅକ୍ଷିମୁଠି କହନ୍ତି । ସଧବା ସ୍ତ୍ରୀମାନେ ଏ ଦିନ ‘ଷଠିଦେବୀ’ଙ୍କ ପୂଜା କରନ୍ତି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ସ୍ୱେତାନା କିରିଲୋଭା ପିରୋନ୍କୋଭା (Bulgarian: Цветана Кирилова Пиронкова [tsvɛˈtana pirɔnˈkɔva]) (ଜନ୍ମ ୧୩ ସେପ୍ଟେମ୍ବର ୧୯୮୭) ଜଣେ ବୁଲ୍ଗେରିଆ ପେଶାଗତ ଟେନିସ୍ ଖେଳାଳି । ସେ ଫେଡ୍ କପ୍ରେ ଦେଶର ସର୍ବଶ୍ରେଷ୍ଠ ଖେଳାଳି । ପ୍ଲୋଭ୍ଦିଭ୍ରେ ଜନ୍ମ ହୋଇଥିବା ପିରୋନ୍କୋଭା, ୪ ବର୍ଷ ବୟସରେ ତାଙ୍କ ବାପାଙ୍କ ଠାରୁ ଟେନିସ୍ ଶିଖିବା ଆରମ୍ଭ କରିଥିଲେ । କନିଷ୍ଠ ବର୍ଗରେ ଖେଳି ଆଟ୍ଲାଣ୍ଟିକ୍ କପ୍ ଜିତିଥିଲେ, ଓ ୨୦୦୨ରେ ଆନ୍ତର୍ଜାତୀୟ ଟେନିସ୍ ଫେଡ଼େରେସନ୍ ପ୍ରତିଯୋଗିତାରେ ବରିଷ୍ଠ ବିଭାଗରେ ପ୍ରଥମ ଆନ୍ତର୍ଜାତୀୟ ପଦାର୍ପଣ କରିଥିଲେ । ପେଶାଗତ ଜୀବନର ଆରମ୍ଭରେ ସେ ଆଇଟିଏଫ୍ ସର୍କିଟ୍ରେ ୬ଟି ଆନ୍ତର୍ଜାତୀୟ ଏକକ ପ୍ରତିଯୋଗିତା ଜିତିଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ସଦାଶିବ ତ୍ରିପାଠୀ (୨୧ ଅପ୍ରେଲ ୧୯୧୦–୯ ସେପ୍ଟେମ୍ବର ୧୯୮୦), ଜଣେ ଓଡ଼ିଆ ରାଜନେତା ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ ୨୧ ଫେବୃଆରୀ ୧୯୬୫ ଠାରୁ ୮ ମାର୍ଚ୍ଚ ୧୯୬୭ ପର୍ଯ୍ୟନ୍ତ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଥିଲେ । ନବକୃଷ୍ଣ ଚୌଧୁରୀଙ୍କ ମନ୍ତ୍ରୀମଣ୍ଡଳରେ ରାଜସ୍ୱମନ୍ତ୍ରୀ ଥିଲାବେଳେ ସେ ପ୍ରଥମେ ଓଡ଼ିଶାରେ ଜମିଦାରୀ ପ୍ରଥାର ଉଚ୍ଛେଦ ପାଇଁ ବିଲ ଆଗତ କରିଥିଲେ ଯାହାକୁ ପରେ ସେ ଏକ ଆଇନ ଭାବରେ କାର୍ଯ୍ୟକାରୀ କରିଥିଲେ । ଓଡ଼ିଶାର ଜମିଜମା ସମ୍ବନ୍ଧୀୟ ନାନାଦି ଆଇନ ଓ ସମସ୍ୟା ସମ୍ବନ୍ଧରେ ସେ ଅନେକ ବିଷୟ ବିଧାନ ସଭାରେ ଉପାସ୍ଥାପନ କରିଥିଲେ ।
ଚନ୍ଦନଯାତ୍ରା ଶ୍ରୀମନ୍ଦିରରେ ସବୁଠୁ ଅଧିକ ଦିନ ଧରି ପାଳିତ ହେଉଥିବା ଏକ ପର୍ବ । ଏହା ବୈଶାଖ ଶୁକ୍ଳ ତୃତୀୟା (ଅକ୍ଷୟ ତୃତୀୟା) ଠାରୁ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ (ସ୍ନାନପୂର୍ଣ୍ଣିମାର ପୂର୍ବଦିନ) ପର୍ଯ୍ୟନ୍ତ ମୋଟ ୪୨ ଦିନ ଧରି ଅନୁଷ୍ଠିତ ହୋଇଥାଏ । ଏହା ଅକ୍ଷୟ ତୃତୀୟା ଠାରୁ ଜ୍ୟେଷ୍ଠ କୃଷ୍ଣ ଅଷ୍ଟମୀ ପର୍ଯ୍ୟନ୍ତ ୨୧ଦିନ ନରେନ୍ଦ୍ର ପୁଷ୍କରଣୀରେ ବାହାର ଚନ୍ଦନଯାତ୍ରା ରୂପେ ଓ ପରବର୍ତ୍ତୀ ୨୧ଦିନ (ଜ୍ୟୈଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ) ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଭିତର ଚନ୍ଦନ ରୂପେ ପାଳିତ ହୋଇଥାଏ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
ପଖାଳ (ପଖାଳ ଭାତ ନାମରେ ମଧ୍ୟ ଜଣା) ଭାତରେ ପାଣି ମିଶାଇ ତିଆରି କରାଯାଉଥିବା ଏକ ଓଡ଼ିଆ ଖାଦ୍ୟ । ଏହା ଜଗନ୍ନାଥ ମନ୍ଦିରରେ ତିଆରି ଛପନ ଭୋଗ ଭିତରୁ ଏକ । ପଖାଳ ଖରା ଦିନରେ ଓଡ଼ିଆ ଘରମାନଙ୍କରେ ଦେହରୁ ତାତି କମାଇବା ପାଇଁ ତଥା ପେଟ ଗରମ ଓ ଦେହରେ ପାଣି କମିଯିବା ଭଳି ରୋଗର ପ୍ରତିକାର ନିମନ୍ତେ ଖିଆଯାଇଥାଏ । ଭାତକୁ ପାଣିରେ ପଖାଳି ତିଆରି କରାଯାଉଥିବାରୁ ଏହାକୁ ପଖାଳ କୁହାଯାଏ । ଏହାର ପାଣିକୁ ତୋରାଣି କୁହାଯାଏ । ପଖାଳ ଓଡ଼ିଶା ବ୍ୟତୀତ ଆସାମ, ପଶ୍ଚିମ ବଙ୍ଗ, ଝାଡ଼ଖଣ୍ଡ, ବିହାର ଓ ଛତିଶଗଡ଼ରେ ମଧ୍ୟ ପ୍ରଚଳିତ । ଆସାମରେ ଏହାକୁ "ପୋଇତା ଭାତ", ପଶ୍ଚିମ ବଙ୍ଗରେ "ପନ୍ତ ଭାତ", ଝାଡ଼ଖଣ୍ଡ ଓ ବିହାରରେ "ମାରା ଭାତ" ଓ ଛତିଶଗଡ଼ରେ ପଖାଳ ବା "ବୋରେ ଭାତ" କହନ୍ତି । ତାମିଲନାଡୁରେ ଏହା ବକାଳ ବାତ ନାମରେ ଜଣା । ସେଠାରେ ବିବାହ ଆଦି ମାଙ୍ଗଳିକ କାର୍ଯ୍ୟରେ ଏବେ ମଧ୍ୟ ପରଷା ଯାଏ । ପଖାଳ ସାଧାରଣତଃ ଦିନରେ (ସକାଳେ) ଖିଆଯାଏ । ଖରାଦିନରେ ଖରାବେଳେ, କେହି କେହି ଉପରଓଳି ମଧ୍ୟ ଖାଇଥାଆନ୍ତି ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣୀ ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଗର୍ଭାବସ୍ଥା, (ଅନ୍ୟ ନାମ ପ୍ରେଗନାନ୍ସି ବା ଗ୍ରାଭିଡିଟି ବା ଜେସ୍ଟାସନ, ଇଂରାଜୀରେ ଯଥାକ୍ରମେ Pregnancy or gravidity or gestation) ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଅପତ୍ୟ (offspring) ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଚିଙ୍ଗୁଡ଼ି ପକଡା ଏକ ଆମିଷ ଖାଦ୍ୟ ଅଟେ ଏହାକୁ ଜଳଖିଆ ହିସାବରେ ଗ୍ରହଣ କରାଯାଏ । ଏହା ଭାରତରେ ପ୍ରାୟ ସମସ୍ତ ଅଞ୍ଚଳରେ ମିଳିଥାଏ । ଚିଙ୍ଗୁଡିକୁ ଭଲ ଭାବରେ ସଫା କରିବା ପରେ ଏଥିରେ କର୍ଣ୍ ଫ୍ଲୋର ମିଶାଇ ବିଭିନ୍ନ ମସଲା, କଟା ପିଆଜ, କଟା ଲଙ୍କା,ଅଦା ଓ ରସୁଣର ପେସ୍ଟ,ଲୁଣ, ଲେମ୍ବୁ ରସ,ଲଙ୍କା ଗୁଣ୍ଡ,ହଳଦୀ ଗୁଣ୍ଡ, ଭିନେଗାର ମିଶାଇ ଏକ ମିଶ୍ରଣ ପ୍ରସ୍ତୁତ କରାଯାଏ । ଏହାପରେ ଚିଙ୍ଗୁଡି ଗୁଡିକୁ ଗରମ ତେଲରେ ଛଣା ଯାଇ ଗରମ ଗରମ ପରସା ଯାଏ । ଏହାକୁ ଚିଲି ସସ୍ କିମ୍ବା ଟମାଟୋ ସସ୍ ସହିତ ଖାଆନ୍ତି ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତି ଦ୍ୱାରା "ଉତ୍କଳ ଭାରତ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ପୀତାମ୍ବର ତରାଇ ଜଣେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ କବି । କବିତା ବ୍ୟତିତ ଶିଶୁସାହିତ୍ୟରେ ମଧ୍ୟ ସେ ଲେଖନି ଚାଳନା କରିଛନ୍ତି । ପୀତାମ୍ବର ୧୯୫୯ ମସିହା ଦିପାବଳୀ ଦିନ, ଜଗତ୍ସିଂହପୁର ଜିଲ୍ଲାର କୁଜଙ୍ଗ ବ୍ଳକ ଅନ୍ତର୍ଗତ ସମୁଦ୍ର ସନ୍ନିକଟ ମଙ୍ଗରାଜପୁର ଗାଁର ଏକ କୈବର୍ତ୍ତ ପଲ୍ଲୀରେ ଜନ୍ମଗ୍ରହଣ କରିଥିଲେ । ଜୀବନର ସୁଖଦୁଃଖ ତାଙ୍କ କବିତାରେ ସ୍ଥାନ ପାଇଛି । ବିଶେଷତଃ ଦଳିତ, ଅବହେଳିତ, ବିସ୍ଥାପିତ ଜନଜୀବନକୁ ନେଇ ତାଙ୍କର କବିତା ପରିପୂର୍ଣ୍ଣ ।
ବିବାହ କହିଲେ ସାଧାରଣତଃ ଜଣେ ପୁରୁଷ ଜଣେ ମହିଳାଙ୍କ ସହିତ ସାମାଜିକ ଓ ଆଇନଗତ ସ୍ୱିକୃତି ସହିତ ସହାବସ୍ଥାନ ଓ ପରସ୍ପର ପ୍ରତି ତଥା ସେମାନଙ୍କର ପିଲାମାନଙ୍କ ଓ ସମ୍ପର୍କୀୟଙ୍କ ପ୍ରତି ଅନ୍ତର୍ନିହିତ ଅଧିକାର ଓ କର୍ତ୍ତବ୍ୟକୁ ବୁଝାଏ । ବିଭିନ୍ନ ସଂସ୍କୃତିରେ ବିବାହର ସଂଜ୍ଞା ଭିନ୍ନ ଥାଏ କିନ୍ତୁ ଏହା ଏକ ଅନୁଷ୍ଠାନ ଯେଉଁଥିରେ ମୂଖ୍ୟତଃ ଯୌନ ସମ୍ପର୍କକୁ ଅଗ୍ରାଧିକାର ଦିଆଯାଏ । ଏହା ସହିତ ପାରିବାରିକ, ସାମାଜିକ, ଅର୍ଥନୈତିକ, ଧର୍ମ ସମ୍ବନ୍ଧୀୟ ଭାବୁକତା ମଧ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । କେତେକ ସଂସ୍କୃତିରେ କୌଣସି ଯୌନ କାରବାର କରିବା ପୂର୍ବରୁ ବିବାହ ବାଧ୍ୟତାମୂଳକ । କେତେକ ସଂସ୍କୃତିରେ ସ୍ଥିରିକୃତ ବିବାହ, ବାଲ୍ୟ ବିବାହ, ଏକାଧିକ ବିବାହ ଓ ବଳପୂର୍ବକ ବିବାହ ପ୍ରଥା ଅଛି । ଅନ୍ୟ ପକ୍ଷରେ ଏହି ଭଳି ବିବାହ ଅନେକ ସ୍ଥାନରେ ବେନିୟମ ଓ ଦଣ୍ଡନୀୟ କାରଣ ଏହା ମହିଳାଙ୍କ ଅଧିକାରର ଆନ୍ତର୍ଜାତୀୟ ନିୟମର ପରିପନ୍ଥି । ବିବାହକୁ ସ୍ୱୀକୃତ ଦିଏ ରାଜ୍ୟ, ସଂଗଠନ, ଆଦିବାସୀ ଦଳ, ସ୍ଥାନୀୟ ଗୋଷ୍ଟି ବା ସମ୍ମାନନୀୟ ବ୍ୟକ୍ତି । ବିବାହକୁ ଅନେକ ଏକ ଅନୁବନ୍ଧିତ କାନୁନୀ ବିବାହ ମନେକରନ୍ତି । କାନୁନୀ ବିବାହରେ ଧାର୍ମିକ କ୍ରିୟା ସମ୍ପାଦିତ ହୁଏ ନାହିଁ । ବିଂଶ ଶତାବ୍ଦୀରେ ଆଗରୁ ଅଣସ୍ୱିକୃତ ଥିବା ଭିନ୍ନ ଜାତି ବିବାହ, ଭିନ୍ନ ବିଶ୍ୱାସ ବିବାହ ଓ ସମଲିଙ୍ଗୀ ବିବାହକୁ ଅନେକ ଦେଶ ସ୍ୱିକୃତି ଦେଇସାରିଛନ୍ତି । ବିବାହ ହିନ୍ଦୁମାନଙ୍କର ଦଶବିଧ ସଂସ୍କାର(ଗର୍ଭାଧାନ, ପୁଂସବନ, ସୀମାନ୍ତୋନ୍ନୟନ, ଜାତକର୍ମ, ନାମକରଣ, ଅନ୍ନପ୍ରାଶନ, ମୁଣ୍ଡନ, ଉପନୟନ, ସମାବର୍ତ୍ତନ, ବିବାହ) ମଧ୍ୟରୁ ଗୋଟିଏ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଡାଇରେକ୍ଟ ବେନିଫିଟ ଟ୍ରାନ୍ସଫର (Direct Benefit Transfer) ସଂକ୍ଷେପରେ DBT ଭାରତ ସରକାରଙ୍କଦ୍ଵାରା ୧ ଜାନୁଆରୀ ୨୦୧୩ ମସିହାରେ ଉଦ୍ଘାଟିତ ହୋଇଥିଲା । ଏହା ସବସିଡ଼ ସ୍ଥାନାନ୍ତରଣ ବ୍ୟବସ୍ଥାର ପରିବର୍ତ୍ତନ ଆଣିବାକୁ ଏକ ପଦକ୍ଷେପ । ଏହି ଯୋଜନା ମାଧ୍ୟମରେ ହିତାଧିକାରୀ ତାଙ୍କ ବ୍ୟାଙ୍କ ଆକାଉଣ୍ଟରେ ସରକାରଙ୍କଠାରୁ ମିଳୁଥିବା ସବସିଡ଼ ସିଧା ପାଇପାରିବେ । ବ୍ୟାଙ୍କ ଆକାଉଣ୍ଟରେ ଏହି ସବସିଡ଼ ଜମା ଫଳରେ ଅନେକାଂଶରେ ବାଟମାରଣା ଏବଂ ବିଳମ୍ବ ଆଦି ସମସ୍ୟାମାନଙ୍କୁ ରୋକାଯାଇପାରିବ ବୋଲି ଆଶା କରାଯାଏ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଇଲୋକ୍ଟ୍ରୋନିକ ମେଲ ବା ଡାକ, ସାଧାରଣତଃ ଇମେଲ ବୋଲି ୧୯୯୩ ମସିହାରୁ ଜଣାଯାଏ । ଏହା ଦ୍ୟାରା ଇଣ୍ଟରନେଟ ମାଧ୍ୟମରେ ଗୋଟିଏ ବ୍ୟବହାରକାରୀ ଅନ୍ୟ ଏକ ବ୍ୟାବ ହାରକାରୀକୁ ବାର୍ତ୍ତା ରେକର୍ଡ କରାଯାଇଥିବା ବାର୍ତ୍ତା, ଛବି , ଭିଡିଓ ଆଦି ପଠାଇ ପାରିବ । ପୂର୍ବରୁ ତତ୍-କ୍ଷାଣତ ବାର୍ତ୍ତାବାହ ଭଳି ବାର୍ତ୍ତା ପଠାଳୀ ଓ ବାର୍ତ୍ତା ଗ୍ରହଣକାରୀ ଦୁଇ ଜଣକୁ ଏକା ସମୟରେ ଅନଲାଇନ ରହିବାକୁ ପଡୁଥିଲା । କିନ୍ତୁ ବର୍ତ୍ତମାନ store-and-forward (ସଞ୍ଚୟ କରି ଆଗକୁ ବଢିବା) ପ୍ରକ୍ରିୟାକୁ ଆଧାରିତ କରି ପ୍ରସ୍ତୁତ କରାଯାଇଥିବାରୁ ଏକ ସମୟରେ ଦୁଇ ଜଣଙ୍କୁ ଅନଲାଇନ ରହିବା ଆବଶ୍ୟକ ପଡୁନାହିଁ । ଇମେଲ ସର୍ଭର ବାର୍ତ୍ତା ଗ୍ରହଣ କରିବା ପରେ ସଞ୍ଚିତ କରି ରଖିଥାଏ ଯଦ୍ୱାରା ବ୍ୟବହାରକାରୀ ଯେତେବେଳେ ମଧ୍ୟ ଅନଲାଇନ ଆସିଲେ ବାର୍ତ୍ତା ପାଇପାରେ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ୱାଇ-ଫାଇ (Wi-Fi) ହେଉଛି ଏକ ଟେକ୍ନୋଲୋଜି ବା ପ୍ରଯୁକ୍ତି, ଯାହାଦ୍ୱାରା ଇଲେକ୍ଟ୍ରିନିକ୍ସ୍ ଯନ୍ତ୍ରଗୁଡ଼ିକ ପରସ୍ପର ସହ ସଂଯୋଗ ସ୍ଥାପନ କରି ନିଜ ନିଜ ଭିତରେ ଯୋଗାଯୋଗ କରିଥାନ୍ତି । ଏହାର ପୁରା ନାମ ହେଉଛି ଓୟାର୍ଲେସ୍ ଫିଡେଲିଟି (Wireless Fidelity) । ଓୟାର୍ଲେସ୍ର ଅର୍ଥ ତାରବିହୀନ ଓ ଫିଡେଲିଟିର ଅର୍ଥ ଭରସା ବା ବିଶ୍ୱାସ । ଅର୍ଥାତ୍ ଏହି ବ୍ୟବସ୍ଥାରେ ଯନ୍ତ୍ରଗୁଡ଼ିକ ବିନା ତାରରେ ପରସ୍ପର ସହିତ ଭରସାଯୋଗ୍ୟ ସଂଯୋଗ ସ୍ଥାପନ କରିଥାନ୍ତି । ଇଲେକ୍ଟ୍ରିନିକ୍ସ୍ ଯନ୍ତ୍ରଗୁଡ଼ିକ ମଧ୍ୟରେ ଏହି ପ୍ରକାର ସଂଯୋଗକୁ ସଂଯୋଗବିହୀନ ସଂଯୋଗ ମଧ୍ୟ କୁହାଯାଇପାରେ । ଏହି ବ୍ୟବସ୍ଥାରେ ଏକ ନିର୍ଦ୍ଦିଷ୍ଟ ପରିସୀମା ମଧ୍ୟରେ ରହିଥିବା ମୋବାଇଲ୍, ଲାପ୍ଟପ୍ ଓ କମ୍ପ୍ୟୁଟର ଇତ୍ୟାଦି ଯନ୍ତ୍ରଗୁଡ଼ିକ ମଧ୍ୟରେ ତାରବିହୀନ ଇଣ୍ଟରନେଟଦ୍ୱାରା ଯୋଗାଯୋଗ ହୋଇଥାଏ । ଏହି ପ୍ରଯୁକ୍ତିର ବିଶେଷତ୍ୱ ହେଲା ସେବା ପ୍ରଦାନକାରୀ ଇଣ୍ଟର୍ନେଟ୍ ସଂସ୍ଥା (Internet Service Provider ବା ISP) ପକ୍ଷରୁ ଦିଆଯାଇଥିବା ଗତିଠାରୁ ଏହାର ତୀବ୍ରତା ଅଧିକ ରହିଥାଏ । ତେବେ ଏହି ତାରବିହୀନ ନେଟ୍ୱାର୍କ ତିଆରି କରିବା ପାଇଁ ଏକ ରାଉଟର୍ର ଆବଶ୍ୟକତା ପଡ଼ିଥାଏ । ରେଡ଼ିଓ ତରଙ୍ଗ ସାହାଯ୍ୟରେ ଏହି ପ୍ରଯୁକ୍ତି କାମ କରିଥାଏ । ସାଧାରଣତଃ ୨.୪ ଗିଗାହର୍ଜ ୟୁଏଚ୍ଏଫ୍ ଏବଂ ୬ ଗିଗାହର୍ଜ ଏସ୍ଏଚ୍ଏଫ୍ ବେତାର ତରଙ୍ଗ ମଧ୍ୟରେ ୱାଇ-ଫାଇ ଅନ୍ୟ ଇଲେକ୍ଟ୍ରିନିକ୍ସ୍ ଉପକରଣଗୁଡ଼ିକୁ ସଂଯୋଗ କରିଥାଏ ।
ପୌରାଣିକ ମତେ ପର୍ଶୁରାମ, ବିଷ୍ଣୁଙ୍କ ଷଷ୍ଠ ଅବତାର । ଭୃଗୁବଂଶର ଋଷି ଜମଦଗ୍ନି ଓ ରେଣୁକାଙ୍କ ଔରସରୁ ପର୍ଶୁରାମ ଜନ୍ମଗ୍ରହଣ କରିଥିଲେ । ପିଲାଦିନରୁ ପୂଜାପାଠ ଛାଡ଼ି ଧନୁଶର ଓ ପରଶୁ କୁଠାର ସାହାଯ୍ୟରେ ସେ ଯୁଦ୍ଧବିଦ୍ୟା ଶିକ୍ଷା କଲେ । ଏହି ସମୟରେ ମା’ ରେଣୁକାଙ୍କୁ ଚରିତ୍ର ସ୍ଖଳନ ଦୋଷରେ ଦୋଷୀ ସାବ୍ୟସ୍ତ କରି ଋଷି ଜମଦଗ୍ମି ତାଙ୍କୁ ମୃତ୍ୟୁଦଣ୍ଡ ଆଦେଶ ଦେଲେ । ଭୃଗୁପତି ପର୍ଶୁରାମ ପର୍ଶୁ ଆଘାତରେ ମାଆଙ୍କ ମୁଣ୍ଡରୁ ଗଣ୍ଡିକୁ ଅଲଗା କରିଦେଲେ । ପିତା ଜମଦଗ୍ନି ସନ୍ତୁଷ୍ଟ ହୋଇ ବର ଯାଚନା କଲେ । ମାଆଙ୍କୁ ପୁନର୍ଜୀବନ ଦେବା ପାଇଁ ପର୍ଶୁରାମ ବର ମାଗିଲେ । ଋଷି ଜମଦଗ୍ନି ସନ୍ତୁଷ୍ଟ ହୋଇ ରେଣୁକାଙ୍କୁ ଜୀବନ୍ୟାସ ମନ୍ତ୍ରପଢ଼ି ଜଳସିଞ୍ଚି ବଞ୍ଚାଇ ଦେଲେ । ତେବେ ମାତୃହତ୍ୟା କରିଥିବାରୁ ପାପଭାରରେ ପର୍ଶୁରାମଙ୍କ ପରଶୁ ତାଙ୍କ କାନ୍ଧରୁ ଉଠିଲା ନାହିଁ । ଏହା ଦେଖି ପିତା ଜମଦଗ୍ନି କହିଲେ ‘ଭାରତବର୍ଷର ସମସ୍ତ ତୀର୍ଥ ଦର୍ଶନ କରି ଜଳରେ ସ୍ନାନ କର । ତା’ପରେ କୈଳାସ ପର୍ବତକୁ ଯାଇ ଶିବ ପାର୍ବତୀଙ୍କ ନିକଟରେ ତପସ୍ୟା କର । ଶିବ ପାର୍ବତୀ ସନ୍ତୁଷ୍ଟ ହୋଇ ତୁମକୁ ପାପମୁକ୍ତ କରିବେ । ପିତାଙ୍କ ଆଦେଶ ପାଳନ କରି ପର୍ଶୁରାମ ଦୀର୍ଘଦିନ ତୀର୍ଥସ୍ଥାନ ପର୍ଯ୍ୟଟନ କରି କୈଳାସ ପର୍ବତରେ ତପସ୍ୟାରତ ହେଲେ । ତାଙ୍କ ତପସ୍ୟାରେ ସନ୍ତୁଷ୍ଟ ହୋଇ ଶିବ ପାର୍ବତୀ ତାଙ୍କୁ ବର ପ୍ରଦାନ କରି ପାପମୁକ୍ତ କଲେ । ଫଳରେ ତାଙ୍କ କାନ୍ଧରୁ ପରଶୁ କୁଠାର ଖସିଗଲା ।
ସମୀପଦୃଷ୍ଟି (ଇଂରାଜୀ ଭାଷାରେ Near-sightedness ବା myopia) ଏକ ପ୍ରକାର ଦୃଷ୍ଟି ଦୋଷ ଯେଉଁଥିରେ ଆଲୋକ ରେଖାମାନ ଚକ୍ଷୁରେ ପ୍ରବେଶ କରିବା ପରେ ରେଟିନା/ନେତ୍ରପଟଳ ଉପରେ ଫୋକସ୍ ନ ହୋଇ ତା' ସମ୍ମୁଖରେ ଫୋକସ୍ ହୁଅନ୍ତି । ଫଳରେ ଦୂରରେ ଥିବା ବସ୍ତୁ ଝାପସା (blurry) ଦେଖାଯାଏ, କିନ୍ତୁ ପାଖରେ ଥିବା ବସ୍ତୁ ସାଧାରଣ ଦେଖାଯାଏ । ମୁଣ୍ଡବଥା ଓ ଚକ୍ଷୁ କ୍ଳେଶ (eye strain) ଇତ୍ୟାଦି ଅନ୍ୟାନ୍ୟ ଲକ୍ଷଣମାନ ଦେଖାଯାଏ । ସମୀପଦୃଷ୍ଟି ସାଂଘାତିକ ହୋଇଥିଲେ ନେତ୍ରପଟଳ ସ୍ଖଳନ, ପରଳ ଓ ଗ୍ଲକୋମା ହେବା ସଙ୍କଟ ଅଧିକ ରହେ ।
ବୈକଳ୍ପିକ ଚିକିତ୍ସା (ଇଂରାଜୀ ଭାଷାରେ Alternative medicine) ନାମ ପାଶ୍ଚାତ୍ୟ ଜଗତରେ ସେହି ସବୁ ଚିକିତ୍ସା ପଦ୍ଧତି ଗୁଡ଼ିକୁ କୁହାଯାଏ ଯାହା ପରମ୍ପରାଗତ ଚିକିତ୍ସା ପଦ୍ଧତି ଭିତରେ ରଖିବା ସମ୍ଭବ ନୁହେଁ, ବା “ଏମିତି ପଦ୍ଧତି ଯାହାକୁ ଏକ ସମାନ ରୂପରେ କେବେ ପ୍ରଭାବୀ ମାନନ୍ତି ନାହିଁ ।” ଏହାକୁ ପ୍ରାୟତଃ ସାକ୍ଷ୍ୟ ଆଧାରିତ ଚିକିତ୍ସା ପଦ୍ଧତି ରୂପରେ ଦେଖାଯାଏ ଏବଂ ଏଥିରେ ବୈଜ୍ଞାନିକ ଆଧାର ସ୍ଥାନରେ ଐତିହାସିକ ବା ସାଂସ୍କୃତିକ ଉପଚାର ପଦ୍ଧତିଗୁଡ଼ିକ ସାମିଲ ହୋଇଥାଏ । ଆମେରିକାର ନେସନାଲ ସେଣ୍ଟର ଫର କମ୍ପ୍ଲିମେଣ୍ଟାରୀ ଆଣ୍ଡ ଅଲ୍ଟରନେଟିଭ ମେଡିସିନରେ (National Center for Complementary and Alternative Medicine) (ଏନସୀସୀଏଏମ) (NCCAM) ଏମିତି ଉଦାହରଣର ଉଲ୍ଲେଖ ରହିଛି, ଯେଉଁଥିରେ ଅନ୍ୟ ପଦ୍ଧତି ଗୁଡ଼ିକର ଅତିରିକ୍ତ ପ୍ରାକୃତିକ ଚିକିତ୍ସା, ପାଦ-ଚିକିତ୍ସା (chiropractic), ଜଡ଼ି ବୁଟି ଚିକିତ୍ସା, ପାରମ୍ପରିକ ଚୀନା ଚିକିତ୍ସା ପଦ୍ଧତି, ଆୟୁର୍ବେଦ, ଧ୍ୟାନ, ଯୋଗ, ଜୈବ ପ୍ରତିପୁଷ୍ଟି, ସମ୍ମୋହନ, ହୋମିଓପାଥି, ଏକ୍ୟୁପଂକ୍ଚର ଏବଂ ପୋଷଣ-ଆଧାରିତ ଉପଚାର-ପଦ୍ଧତି ଗୁଡ଼ିକ ସାମିଲ ଅଟନ୍ତି । ଏହାକୁ ପ୍ରାୟତଃ ପୂରକ ଚିକିତ୍ସା ପଦ୍ଧତିହିସାବରେ ମାନ୍ୟତା ମିଳିଛି, ଯାହାର ସାମାନ୍ୟ ଅର୍ଥ ହେଉଛି, ମୁଖ୍ୟ ଧାରାରେ ଥିବା ଟେକନିକ ବା କୌଶଳର ସଂଯୋଗରେ ପ୍ରୟୋଗ କରା ଯାଉଥିବା ସମାନ ହସ୍ତକ୍ଷେପ, ଯେଉଁ ଗୁଡ଼ିକୁ ପୂରକ ତଥା ବୈକଳ୍ପିକ ଚିକିତ୍ସା ପଦ୍ଧତି ବା କେମ (CAM) ହିସାବରେ ପରିଗଣିତ କରାଯାଏ। ବୈକଳ୍ପିକ ଚିକିତ୍ସା ପଦ୍ଧତିର କିଛି ଅନୁସଂଧାନକର୍ତା ଏହି ସମୂହୀକରଣର ବିରୋଧ କରିଥାନ୍ତି ଏବଂ ଏଇ ବିଧିଗୁଡ଼ିକର ଭିତରେ ଫରକ ରଖିବା ପସଂଦ କରିଥାନ୍ତି, ତଥାପି ସେମାନେ କେମ (CAM) ଶବ୍ଦର ପ୍ରୟୋଗ କରିଥାନ୍ତି, ଯାହା ମାନକ ହୋଇ ସାରିଛି।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଅଶ୍ଵତ୍ଥାମାତଥା ଦାରୁଣୀ ନାମରେ ପରିଚିତ ଚରିତ୍ର ମହାଭାରତର ଅନ୍ୟତମ ଚର୍ଚ୍ଚିତ ଚରିତ୍ର । ଗୁରୁ ଦ୍ରୋଣଙ୍କ ପୁତ୍ର ତଥା ବ୍ରାହ୍ମଣ ବିଦ୍ଵାନ ଭରଦ୍ଵାଜଙ୍କ ପୌତ୍ର ଅଶ୍ଵତ୍ଥାମା ଜଣେ ମହାରଥୀ ତଥା ଯୋଧ୍ୟା । କୁରୁକ୍ଷେତ୍ର ଯୁଦ୍ଧରେ ସେ କୌରବଙ୍କ ତରଫରୁ ବିଶେଷ ଭାବରେ ଅବଦାନ ଦେଇଥିବା ଯୋଧ୍ୟା ହିସାବରେ ମହାଭାରତରେ ପରିଚିତ । ତାଙ୍କୁ ପୁରାଣ ବର୍ଣ୍ଣିତ ରୁଦ୍ରଙ୍କ ୧୧ ଅବତାର ଭିତରୁ ଗୋଟିଏ ଅବତାର ବୋଲି ମଧ୍ୟ କୁହାଯାଏ । କଥିତ ଅଛି ସେ ଚିରଞ୍ଜିବୀ ( ଅମର) ଥିଲେ ଓ କୁରୁକ୍ଷେତ୍ର ଯୁଦ୍ଧରେ ନିହତ ହେଇ ନଥିବା କୌରବ ପକ୍ଷ୍ର ଜଣେମାତ୍ର ଯୋଦ୍ଧା ।
ଗୋଟିଏ ସ୍ଵାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ଵାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ଵ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ବଂଶୀଧର ପଣ୍ଡା, (ଜନ୍ମ: ୨୬ ନଭେମ୍ବର ୧୯୩୨) ଇମ୍ଫାର ପ୍ରତିଷ୍ଠାତା ଅଧ୍ୟକ୍ଷ ଅଟନ୍ତି । ଓଡ଼ିଶାର ଶିଳ୍ପବିକାଶ କ୍ଷେତ୍ରରେ ତାଙ୍କର ପ୍ରମୁଖ ଭୂମିକା ରହିଛି । ବିଜୁ ପଟ୍ଟନାୟକଙ୍କ ସହିତ ତାଙ୍କର ଘନିଷ୍ଟ ବନ୍ଧୁତା ରହିଥିଲା । ବିଜୁ ବାବୁ ୧୯୬୧ ମସିହାରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ହେବା ପରେ, ଓଡ଼ିଶାରେ ଶିଳ୍ପ ପ୍ରତିଷ୍ଠା କରିବା ପାଇଁ ବଂଶୀଧର ବାବୁଙ୍କୁ ନିମନ୍ତ୍ରଣ କରିଥିଲେ । ସେତେବେଳେ, ବଂଶୀଧର ଯୁକ୍ତରାଷ୍ଟ୍ର ଆମେରିକାର ନାସାରେ ଜଣେ ବୈଜ୍ଞାନିକ ଭାବରେ କାର୍ଯ୍ୟରତ ଥିଲେ । ଶିଳ୍ପସମୃଦ୍ଧ ଓଡ଼ିଶାର ସ୍ଵପ୍ନ ଦେଖିଥିବା ବଂଶୀଧର, ବିଜୁ ବାବୁଙ୍କ ନିମନ୍ତ୍ରଣ ରକ୍ଷାକରି, ନିଜ ଚାକିରୀ ଛାଡି ଓଡ଼ିଶା ଫେରିଆସିଥିଲେ ଓ ୧୯୬୧ ମସିହାରେ ଅବିଭକ୍ତ କୋରାପୁଟ ଜିଲ୍ଲାର ଥେରୁବାଲିଠାରେ ଇମ୍ଫା ପ୍ରତିଷ୍ଠା କରିଥିଲେ । ବିଜୁ ବାବୁଙ୍କ କଳିଙ୍ଗ ଟ୍ୟୁବ୍ସ ପରେ, ଇମ୍ଫା ଓଡ଼ିଶାର ନିଜସ୍ଵ ପ୍ରଯୁକ୍ତିରେ ନିର୍ମିତ ଦ୍ଵିତୀୟ ବୃହତ ଶିଳ୍ପର ମାନ୍ୟତା ପାଇଥିଲା । ଇମ୍ଫା ବହୁ ଲୋକଙ୍କୁ ନିଯୁକ୍ତି ପ୍ରଦାନ କରିବା ସହିତ, ପାରିପାର୍ଶ୍ଵର ବହୁ ଲୋକଙ୍କ ଜୀବନମାନରେ ଉନ୍ନତି ଆଣିବାରେ ସକ୍ଷମ ହୋଇପାରିଥିଲା ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ଵବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ଵତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି । ତାଙ୍କର ଲେଖା ଗଭୀର ସତକଥା, ନାନା ଅସୁବିଧା ଭିତରେ ଲୁଚି ରହିଥିବା ଘଟଣା, ଏକାସାଙ୍ଗରେ ବ୍ୟଙ୍ଗ ଓ ଗଭୀର ଦର୍ଶନରେ ଭରା ।
ଆମେଲି ପଣ୍ଡା, ଜଣେ ଓଡ଼ିଆ ଆଲ୍ବମ୍ ଏବଂ କଥାଚିତ୍ର ଅଭିନେତ୍ରୀ । ସେ ପ୍ରଥମେ ଓଡ଼ିଆ ଆଲବମ୍ରେ ଅଭିନୟ କରିଥିଲେ । ଏହା ପରେ ପରେ ସେ ୨୦୦୫ରେ ସେ ରାଜୁ ମିଶ୍ରଙ୍କ ଚଳଚ୍ଚିତ୍ର ଜୀବନ ମୃତ୍ୟୁ ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ସେ ୨୦୦୭ରେ ତୁମକୁ ପାରୁନି ତ ଭୁଲି ଏବଂ ୨୦୧୦ରେ ଭୁଲ୍ ବୁଝିବନି ମତେ କଥାଚିତ୍ରରେ ଅଭିନୟ କରିଥିଲେ । ତାଙ୍କର ବିବାହ ପରେ ସେ ଅଭିନୟ ଜଗତରୁ ଦୂରେଇ ଯାଇଥିଲେ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ସୁବ୍ରତ ସ୍ୱାଇଁ ଜଣେ ଓଡ଼ିଆ କଥାଚିତ୍ରର ଗୀତିକାର । ସୁବ୍ରତଙ୍କୁ ୨୦ ବର୍ଷ ହେବା ଆଗରୁ ସେ ଗୀତ ଲେଖିବା ଆରମ୍ଭ କରିଥିଲେ । ୨୦୦୦ ମସିହାରେ ତାଙ୍କ ଲିଖିତ ଜଗନ୍ନାଥ ଭଜନ ‘ବାଉଁଶ ପତର ସରୁ ଲୋ ଝାଇଁ ଝୁମୁରୁ…’ ଗୀତଟି ଲୋକପ୍ରିୟ ହେବା ପରେ ସୁବ୍ରତ ଲୋକଲୋଚନକୁ ଆସିଥିଲେ । ସୁବ୍ରତଙ୍କ ଏହି ଗୀତରେ କଣ୍ଠଦାନ କରିଥିଲେ ହିନ୍ଦୀ କଥାଚିତ୍ର ଜଗତର ଜଣାଶୁଣା ଗାୟକ ମହମ୍ମଦ ଅଜିଜ୍ । ୨୦୦୮ ମସିହାରେ ସୁବ୍ରତ ଓଡ଼ିଆ କଥାଚିତ୍ର ଜଗତରେ ଚଳଚ୍ଚିତ୍ର ଗୀତ ଲେଖିବା ଆରମ୍ଭ କରିଥିଲେ । ଚିତ୍ତରଞ୍ଜନ ତ୍ରିପାଠୀଙ୍କ ନିର୍ଦ୍ଦେଶିତ ଓଡ଼ିଆ କଥାଚିତ୍ର ମୁଖ୍ୟମନ୍ତ୍ରୀରେ ଗୀତ ରଚନା କରିଥିଲେ ସୁବ୍ରତ । ଏହାପରେ ସେ ୨୦୧୦ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର ପ୍ରେମ ଅଢ଼େଇ ଅକ୍ଷରରେ ଗୀତ ରଚନା କରିଥିଲେ ।
ଗୀତଗୋବିନ୍ଦ କବି ଜୟଦେବଙ୍କଦ୍ଵାରା ସଂସ୍କୃତ ଭାଷାରେ ରଚିତ ଦ୍ୱାଦଶ ଶତାବ୍ଦୀର ଏକ କାବ୍ୟ । ଦ୍ଵାଦଶ ସର୍ଗ ବିଶିଷ୍ଟ ଏହି କାବ୍ୟଟି ରାଧାକୃଷ୍ଣଙ୍କ ରାସଲୀଳା ଉପରେ ପର୍ଯ୍ୟବେସିତ । ବୈଷ୍ଣବ ଭକ୍ତି ମାର୍ଗ ଉପରେ ଗୀତଗୋବିନ୍ଦ କାବ୍ୟର ବିଶେଷ ପ୍ରଭାବ ପଡିଛି । କାନ୍ତ କୋମଳ ପଦାବଳୀ, ମଧୁର ଶବ୍ଦ ସଂଯୋଜନା, ଭକ୍ତି ଭାବରେ ପୂର୍ଣ୍ଣ ବିଷୟ ନିମନ୍ତେ ଗୀତଗୋବିନ୍ଦର ସଂସ୍କୃତ ସାହିତ୍ୟରେ ଏକ ବିଶେଷ ସ୍ଥାନ ରହିଚି । ପ୍ରସିଦ୍ଧ ଦଶାବତାର ବର୍ଣ୍ଣନା ଓ ସ୍ତୋତ୍ର ଏହି କାବ୍ୟର ପ୍ରଥମ ସର୍ଗରେ ରହିଛି । ଶ୍ରୀ ଜଗନ୍ନାଥ ସଂସ୍କୃତି ଓ ପରମ୍ପରାରେ ମଧ୍ୟ ଗୀତଗୋବିନ୍ଦର ଏକ ପ୍ରଧାନ ସ୍ଥାନ ରହିଛି।
ଏ କେ ରାମାନୁଜନ୍ (୧୬ ମାର୍ଚ୍ଚ ୧୯୨୯ - ୧୩ ଜୁଲାଇ ୧୯୯୩) ଜଣେ ଭାରତୀୟ କବି ଓ ଶାସ୍ତ୍ରଜ୍ଞ । ଭାରତୀୟ ସାହିତ୍ୟର ଚର୍ଚ୍ଚରେ ତାଙ୍କର ଗଭୀର ପ୍ରବେଶ ଥିଲା । ସେ ଉଭୟ ଇଂରାଜୀ ଓ କନ୍ନଡ଼ ଭାଷାରେ ଲେଖାଲେଖି କରୁଥିଲେ । ସେ ଜଣେ ବହୁମୁଖି ପ୍ରତିଭା ଥିଲେ । କବିତା ଲେଖିବା ଓ ଶାସ୍ତ୍ର ଚର୍ଚ୍ଚା କରିବା ଛଡା ଭାଷାବିଜ୍ଞାନ, ଲେକସାହିତ୍ୟ, ଅନୁବାଦ ଓ ନାଟକ ରଚନା କ୍ଷେତ୍ରରେ ତାଙ୍କର ପ୍ରବେଶ ଥିଲା । ତାଙ୍କର ଏକାଡେମିକ୍ ଗବେଷଣା ପାଞ୍ଚଟି ଭାଷା ସାହିତ୍ୟ - ଇଂରାଜୀ, କନ୍ନଡ଼, ତାମିଲ, ତେଲଗୁ ଓ ସଂସ୍କୃତ -ରେ ବ୍ୟାପ୍ତ ଥିଲା । ସେ ଏହି ସାହିତ୍ୟ ଗୁଡ଼ିକର ଉଭୟ ଶାସ୍ତ୍ରୀୟ ଓ ଆଧୁନିକ ବିଭାବ ମାନଙ୍କର ଉପରେ ଲେଖା ପ୍ରକାଶିତ କରିଥିଲେ । ସେ ସ୍ଥାନୀୟ, ଅଣ-ମାନକ ଉପଭାଷାଗୁଡ଼ିକୁ ଉପଯୁକ୍ତ ଗୁରୁତ୍ତ୍ୱ ଦେବା ପାଇଁ ତର୍କ କରୁଥିଲେ । ଯଦିଓ ସେ ବହୁସ୍ରାବୀ ଥିଲେ ଓ ବହୁ ଜନ୍ରାରେ କାମ କରିଥିଲେ, ତାଙ୍କର କବିତାଗୁଡ଼ିକ ଏବେ ମଧ୍ୟ ନିଜର ଆଶ୍ଚର୍ଯ୍ୟଜନକ ମୌଳିକତା, ପରିଷ୍କରଣ ଓ ହୃଦୟସ୍ପର୍ଶୀ କଳାତ୍ମକତା ପାଇଁ ଆମ ସ୍ମୃତିରେ ଭାସି ବୁଲନ୍ତି । ତାଙ୍କୁ ୧୯୯୯ ମସିହାରେ କବିତା ଗ୍ରନ୍ଥ "ଦ କଲେକ୍ଟେଡ୍ ପୋଏମ୍ସ୍" ପାଇଁ ମରଣୋତ୍ତର ଭାବରେ ସାହିତ୍ୟ ଏକାଡେମୀ ସମ୍ମାନ ଦିଆଯାଇଥିଲା ।
ପ୍ରଯୁକ୍ତି ବିଦ୍ୟା ବା ଟେକ୍ନୋଲୋଜି ଶବ୍ଦଟି ପ୍ରାଚୀନ ଗ୍ରୀକ ଶବ୍ଦାଦ୍ଵୟ τέχνη, techne, "କଳା, କୌଶଳ, ହାତର ଚମତ୍କାରିତା"; ଏବଂ -λογία, -logia "ଅଧ୍ୟୟନ"ରୁ ଅସିଛି । ଏହା ବ୍ୟବହାରିକ ବିଜ୍ଞାନକୁ ସୁଚାଇଥାଏ । କୌଣସି ସମସ୍ୟାର ସମାଧାନ, ପୂର୍ବରୁ ପ୍ରଚଳିତ ସମାଧାନର ଉନ୍ନତି କିମ୍ବା ଜୀବନ ଧାରଣ ମାନରେ ଉନ୍ନତି ପାଇଁ କୌଣସି ଏକ ଯନ୍ତ୍ର, ଉପକରଣ, କଳା କିମ୍ବା କୌଶଳର ଗଠନ, ପରିବର୍ତ୍ତନ, ବ୍ୟବହାର ଓ ଜ୍ଞନ ଆହରଣକୁ ଆମେ ପ୍ରଯୁକ୍ତି ବିଦ୍ୟା କହିଥାଉ ।