ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ମେରୀ ୱୋଲଷ୍ଟୋନ୍କ୍ରାଫ୍ଟ ସେଲୀ (୩୦ ଅଗଷ୍ଟ ୧୭୯୭ - ୧ ଫେବୃଆରୀ ୧୮୫୧), ଜଣେ ଇଂରାଜୀ ଉପନ୍ୟାସ ଲେଖିକା, କ୍ଷୁଦ୍ରଗଳ୍ପ ରଚୟିତା, ନାଟ୍ୟକାର, ପ୍ରବନ୍ଧ ଲେଖିକା, ଜୀବନୀ ଲେଖିକା ଏବଂ ଭ୍ରମଣ କାହାଣୀ ଲେଖିକା ଥିଲେ । ମେରୀ ତାଙ୍କର ଉପନ୍ୟାସ ଫ୍ରାଙ୍କେନ୍ଷ୍ଟେନ୍ ପାଇଁ ବେଶ୍ ଜଣାଶୁଣା । ଏହି ଉପନ୍ୟାସଟି 'ଦ ମଡର୍ଣ୍ଣ ପ୍ରୋମେଥେସ୍' ଭାବରେ ମଧ୍ୟ ପରିଚିତ ଯାହାକି ୧୮୧୮ ମସିହାରେ ପ୍ରକାଶିତ ହୋଇଥିଲା । ସେ ତାଙ୍କର ସ୍ୱାମୀଙ୍କର କିଛି କାର୍ଯ୍ୟକୁ ସମ୍ପାଦନା କରିଥିଲେ ଏବଂ ପ୍ରଦର୍ଶନ କରିଥିଲେ । ତାଙ୍କର ପତିଙ୍କର 'ରୋମାଣ୍ଟିକ୍ ପୋଏଟ୍' ଏବଂ 'ଫିଲୋସୋଫର୍ ପେର୍କି ବାଏସି ସେଲୀ' ଆଦି ପୁସ୍ତକର ସମ୍ପାଦନା କରି ମେରୀ ତାକୁ ପ୍ରକାଶ କରିଥିଲେ । ମେରୀଙ୍କର ବାପା ଉଇଲିୟମ୍ ଗୋଡ୍ଉଇନ୍ ଜଣେ ରାଜନୈତିକା ଦାର୍ଶିନିକ ଥିଲେ ଏବଂ ତାଙ୍କର ମାଆ ମେରୀ ୱୋଲଷ୍ଟୋନ୍କ୍ରାଫ୍ଟ ଜଣେ ଦାର୍ଶିନିକ ଓ ନାରୀବାଦୀ ମଣିଷ ଥିଲେ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଆଦି ଶଙ୍କର (ସଂସ୍କୃତ : आदिशङ्करः) (୭୮୮- ୮୨୦ ଖ୍ରୀଷ୍ଟାବ୍ଦ) ଏକାଧାରରେ ଜଗତର ଅନ୍ୟତମ ଧର୍ମଗୁରୁ, ଦାର୍ଶନିକ, ସମାଜ ସଂସ୍କାରକ ଓ ବେଦାନ୍ତର ମୂଖ୍ୟ ପ୍ରବକ୍ତା । ସେ ଆଦି ଶଙ୍କର ଓ ଶଙ୍କର ଭଗବତ୍ ପାଦ ନାମରେ ମଧ୍ୟ ପରିଚିତ । ଅଦ୍ଵୈତ ବେଦାନ୍ତର ଶେଷ୍ଠ ପ୍ରବକ୍ତା ରୂପରେ ସେ ବିଶ୍ଵର ଦାର୍ଶନିକ ମଣ୍ଡଳୀରେ ସ୍ଵୀକୃତ ଓ ସମାଦୃତ । ସେ ଦଶନାମୀ ସନ୍ୟାସୀ ସମ୍ପ୍ରଦାୟର ପ୍ରତିଷ୍ଠା କରିଥିଲେ । ହିନ୍ଦୁ ଧର୍ମର ପୁନଃ ସ୍ଥାପନା ଏବଂ ସମାଜ ସଂସ୍କାରରେ ତାଙ୍କର ଦାନ ଅତୂଳନୀୟ
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ସଂଗ୍ରାମ ବିଶ୍ୱାଳ ଜଣେ ଓଡ଼ିଆ ଚଳଚ୍ଚିତ୍ର ନିର୍ଦ୍ଦେଶକ । ସେ ଓଡ଼ିଆ କଥାଚିତ୍ର ରଖିଲେ ଶିବ ମାରିବ କିଏ ଚଳଚ୍ଚିତ୍ରର ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ପ୍ରବେଶ କରିଥିଲେ । ଏହାପରେ ସେ ସକଳ ତୀର୍ଥ ତୋ’ ଚରଣେ, ରାକ୍ଷୀ ଭିଜିଗଲା ଆଖି ଲୁହରେ, ରାମ ଲକ୍ଷ୍ମଣ, ମହାସଂଗ୍ରାମ, ଧର୍ମନିକିତି, ବିଧାତା, ତୋ’ ଆଖି ମୋ ଆଇନା, ଆଇ ଲଭ୍ ମାଇଁ ଇଣ୍ଡିଆ ଏବଂ ଲାଲ ଟୁକଟୁକ୍ ସାଧବବୋହୁ ଆଦି କଥାଚିତ୍ରର ନିର୍ଦ୍ଦେଶନା ଦେଇଥିଲେ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨)ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଭାରତରେ ପ୍ରଚଳିତ ଶାସ୍ତ୍ରୀୟ ନୃତ୍ୟମାନଙ୍କ ମଧ୍ୟରୁ ଓଡ଼ିଶୀ ନୃତ୍ୟ ଅନ୍ୟତମ । ଏହାର ପରମ୍ପରା ଅତି ପ୍ରାଚୀନ । ଖାରବେଳଙ୍କ ସମୟରେ ଖୋତିତ ରାଣୀଗୁମ୍ଫା,ସ୍ଵର୍ଗପୁରୀ ଓ ମଞ୍ଚପୁରୀ ଗୁମ୍ଫାର ଗାତ୍ରରେ ଦେଖିବାକୁ ମିଳୁଥିବା ନର୍ତ୍ତକୀମାନଙ୍କର ପ୍ରତିମା ତଥା ହାତୀଗୁମ୍ଫା ଅଭିଲେଖରେ ବର୍ଣ୍ଣିତ ନୃତ୍ୟ ଓଡ଼ିଶୀନୃତ୍ୟର ପ୍ରାଚୀନତା ପ୍ରତିପାଦନ କରେ । ଭରତଙ୍କ ନାଟ୍ୟଶାସ୍ତ୍ରରେ ଉଲ୍ଲିଖିତ କଳିଙ୍ଗ ନୃତ୍ୟ ଶୈଳୀ ଓଡ଼ିଶୀ ନୃତ୍ୟର ସ୍ଵାତନ୍ତ୍ରତା ପ୍ରମାଣିତ କରେ । ଭୁବନେଶ୍ଵରର ପର୍ଶୁରାମେଶ୍ଵର ମନ୍ଦିର,ବୈତାଳ ମନ୍ଦିର,ଶିଶିରେଶ୍ଵର ମନ୍ଦିର, ମାର୍କଣ୍ଡେଶ୍ଵର ମନ୍ଦିର,ମୁକ୍ତେଶ୍ଵର ମନ୍ଦିର, ରାଜରାଣୀ ମନ୍ଦିର,ଲିଙ୍ଗରାଜ ମନ୍ଦିର, ମେଘେଶ୍ଵର ମନ୍ଦିର ପ୍ରଭୃତି, ପୁରୀର ଜଗନ୍ନାଥ ମନ୍ଦିର ଏବଂ କୋଣାର୍କ ସୂର୍ଯ୍ୟମନ୍ଦିରର ବର୍ହିଭାଗରେ ଖୋଦିତ ନର୍ତ୍ତକୀ ଓ ନାୟିକାମାନଙ୍କର ଅଙ୍ଗଭଙ୍ଗୀ ଓ ମୁଦ୍ରାରୁ ଓଡ଼ିଶୀ ନୃତ୍ୟର ପରମ୍ପରା ସମୃଦ୍ଧ ହୋଇଥିବା ଜଣାଯାଏ । ପରବର୍ତ୍ତୀ କାଳରେ ଏହି ନୃତ୍ୟ ଦେବଦାସୀ ନୃତ୍ୟ (ମାହାରୀ) ଓ ଗୋଟିପୁଅମାନଙ୍କଦ୍ଵାରା ପରିବେଷିତ ହୋଇ ଆସୁଥିଲା । ଆମଦେଶ ସ୍ଵାଧୀନ ହେବା ପରେ ଏହି ନୃତ୍ୟ ପରମ୍ପରାର ପୁନରୁଦ୍ଧାର କରାଯାଇ ଓଡ଼ିଶୀ ନାମରେ ନାମିତ କରାଗଲା ଓ ଏହା ଶାସ୍ତ୍ରୀୟ ନୃତ୍ୟର ମର୍ଯ୍ୟାଦା ଲାଭ କଲା । ଏହି ଉଦ୍ୟମରେ ସାର୍ଥକତା ଲାଭକରିଥିବା ବ୍ୟକ୍ତିମାନକ ମଧ୍ୟରୁ କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକ, ନୃତ୍ୟଗୁରୁ ପଙ୍କଜଚରଣ ଦାସ, ଦେବପ୍ରସାଦ ଦାସ ଓ କେଳୁଚରଣ ମହାପାତ୍ର ଅନ୍ୟତମ ।
ନୀଲମ୍ କ୍ଲେର୍ ଜଣେ ଭାରତୀୟ ନେନାଟୋଲୋଜିଷ୍ଟ୍, ଯେ ନିଓନାଟାଲ୍ ଇନ୍ଟେନ୍ସିଭ୍ କେୟାର୍ ଓ ଭେଣ୍ଟିଲେସନ୍ ଉପରେ କାମ ପାଇଁ ଜଣାଶୁଣା । ନିଓନାଟାଲ୍ ସେବାକୁ ଉନ୍ନତ କରି, ଖୁବ୍ ସାନ ସମୟ ଆଗରୁ ଜନ୍ମ ଶିଶୁଙ୍କ (୧୦୦୦ ଗ୍ରାମ୍ରୁ କମ୍) ବଞ୍ଚିବା ହାର ୯୦ ପ୍ରତିଶତକୁ ବଢ଼ାଇବାର ଶ୍ରେୟ ତାଙ୍କୁ ଦିଆଯାଏ । ୨୦୧୪ରେ, ଔଷଧ ଓ ନିଓନାଟୋଲୋଜିରେ ତାଙ୍କ ଅବଦାନ ପାଇଁ, ଭାରତ ସରକାର ତାଙ୍କୁ ତୃତୀୟ ସର୍ବଶ୍ରେଷ୍ଠ ବେସାମରିକ ସମ୍ମାନରେ ସମ୍ମାନିତ କରିଥିଲେ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଦଣ୍ଡନାଚ ଓଡ଼ିଶାର ଏକ ପ୍ରାଚୀନ ଓ ପାରମ୍ପରିକ ନାଚ । ଏହା ଗଞ୍ଜାମ ଜିଲ୍ଲାର ଏକ ଲୋକ ପର୍ବ। ଏହା ଗ୍ରାମାଞ୍ଚଳରେ ଏହା କାମନା ଦଣ୍ଡ ଭାବେ ପରିଚିତ। ଏହି ନୃତ୍ୟ ଧର୍ମିୟ ଧାରଣା ଏବଂ ଈଶ୍ଵର ବିଶ୍ଵାସ ଉପରେ ପ୍ରତିଷ୍ଠିତ । ନାଟକର ସୃଷ୍ଟି କେବେ ଓ କିଭଳି ହେଲା ତାହା ରହସ୍ୟମୟ । ତେବେ ଆଧୁନିକ ନାଟକ ସୃଷ୍ଟିର ବହୁ ପୂର୍ବରୁ ଲୋକନାଟକ ଗୁଡିକ ସୃଷ୍ଟି ହୋଇଥିବା ବିଷୟକୁ ଅସ୍ବୀକାର କରାଯାଇ ନପାରେ । କାରଣ ବେଦ, ଭରତମୁନିଙ୍କ ନାଟ୍ୟଶାସ୍ତ୍ର,ବୌଦ୍ଧ ନିକାୟ,ପାଣିନି,କୃଶାଶ୍ବ ଓ ବିଭିନ୍ନ ପୌରାଣିକ ଗ୍ରନ୍ଥରୁ ଲୋକନାଚକ ସମ୍ପର୍କରେ ସଂକେତ ମିଳିଥାଏ । ଲୋକନାଟକ ଗୁଡିକର ବର୍ହିଲକ୍ଷ ଓ ଅନ୍ତର୍ଲକ୍ଷ ହେଉଛି ଶିକ୍ଷା ପ୍ରଦାନ । ଜନଜୀବନର କାହାଣୀକୁ ବା ଲୋକବୃତ୍ତକୁ ବିଶ୍ବସ୍ତ ଭାବେ ଉପସ୍ଥାପିତ କରିବା ଲୋକନାଟକର ଅନ୍ୟ ଏକ ଲକ୍ଷ । ନାଟକ ହେଉଛି ଦୃଶ୍ୟକାବ୍ୟ ଓ କାବ୍ୟମାନଙ୍କ ମଧ୍ୟରେ ଶ୍ରେଷ୍ଠ । ନାଟକର ସ୍ରଷ୍ଟା ନାଟ୍ୟ ଶିଳ୍ପିର ମାୟାଜାଲ ବିସ୍ତାର କରି ଦର୍ଶକର ଚିତ୍ତ ବିନୋଦନ ସହିତ ସତ୍ୟ ,ଶିବ ଓ ମଙ୍ଗଳର ଜୟଗାନପାଇଁ ଆହ୍ବାନ ଦେଇଥାନ୍ତି । ଲୋକ ନାଟକର ସୃଷ୍ଟି ଉତ୍ସ ସମ୍ପର୍କରେ କେତେଗୁଡିଏ ତଥ୍ୟ ହେଲା । ସେଗୁଡିକ ହେଲା :୧-ପ୍ରକୃତି ପ୍ରଭାବ,୨-ଧର୍ମ ଟିନ୍ତନ,୩-କୃଷି ସଭ୍ୟତା,୪-ସାମରିକ ପରମ୍ପରା,୫- କାରୁକଳା,୬-ଆଦିବାସୀ ଓ ଓଡଶୀ ନୃତ୍ୟ ।
ବିଶ୍ଵନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କ ଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ବିଂଶ ଶତାବ୍ଦୀରେ ଗଣିତଶସ୍ତ୍ରରେ ଚମକ ସୃଷ୍ଟି କରିଥିବା ସେଟ ତତ୍ଵର (Set Theory) ସ୍ରଷ୍ଟା ହେଉଛନ୍ତି ବିଖ୍ୟାତ ଜର୍ମାନ ଗଣିତଜ୍ଞ ଜର୍ଜ କ୍ୟାଣ୍ଟର (Georg Cantor) । ସୂର୍ଯ୍ୟ ବିହୁନେ ଗ୍ରହମାନେ ଯେପରି ନିଷ୍ପ୍ରଭ ଓ ନିସ୍ତେଜ ହୋଇଯାନ୍ତି, ସେଟ ତତ୍ଵ ବିନା ଗଣିତଶାସ୍ତ୍ରର ବିଭିନ୍ନ ବିଭାଗ ଯଥା: ଜ୍ୟାମିତି, ବୀଜଗଣିତ, କଳନ ଶାସ୍ତ୍ର(Calculus) ଇତ୍ୟାଦିର ଅବସ୍ଥା ଠିକ ସେହିପରି ହୋଇଥାନ୍ତା । ସେଟ ତତ୍ଵ ଗଣିତକୁ ସହଜ ସୁନ୍ଦର କରିବାରେ, ଜଟିଳ ଗାଣିତିକ ତତ୍ଵକୁ ସରଳ ଓ ସାବଲୀଳ ଭାବରେ ବିଶ୍ଲେଷଣ କରିବାରେ ମୁଖ୍ୟ ଭୂମିକା ଗ୍ରହଣ କରିପାରିଛି । ସେଟ ସଂଜ୍ଞା ବିହୀନ ଅଟେ ।
ଉଇକିପିଡ଼ିଆ' (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା ୱେବକୁ ନେଇ ତିଆରି ମିଳିତ ବହୁଭାଷୀ ଜ୍ଞାନକୋଷ । ଏହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ପରିଚାଳିତ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର ଉଇକିଆଳିଙ୍କଦ୍ୱାରା ସମ୍ପାଦିତ । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦେଇ ବଦଳାଯାଇପାରିବ । ଉଇକିପିଡ଼ିଆ ୨୦୦୧ ମସିହାରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦେଇ ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ । ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ଵତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହାଦ୍ଵାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ଵ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି । ଏହାର ବ୍ୟବହାର ଓ ସିଦ୍ଧାନ୍ତ ଗୁଡିକ ଉପରେ ଗବେଷଣା କରି ଏହାର ବିଭାଗୀକରଣ କରାଯାଇଛି । ଏହାର କିଛି ବିଷୟକୁ ଆମର ଦୈନନ୍ଦିନ ଜୀବନରେ ସଫଳ ଭାବେ ବ୍ୟବହାର କରାଯାଇପାରୁଥିବା ବେଳେ, ଅନ୍ୟ କଛି ବିଷୟକୁ କେବଳ ସମ୍ୟକ ଧାରଣା ଓ ଅନୁମାନକୁ ଆଧାର କରି ଭବିଷ୍ୟତରେ ଗବେଷଣା ପାଇଁ ବିଷୟବସ୍ତୁ ଭାବରେ ନିଆଯାଉଛି ।
ହିଙ୍ଗୁଳା ମନ୍ଦିର ( ହିଙ୍ଗୁଳା ପୀଠ) ତାଳଚେର ଗଡ଼ର ଗୋପାଳପ୍ରସାଦ ଗ୍ରାମରେ ଅବସ୍ଥିତ । ଏହି ଅଗ୍ନୀରୂପା ମା’ ପରମ ବୈଷ୍ଣବୀ ନାରାୟଣୀ ଶୁମ୍ଭ ନିଶୁମ୍ବଙ୍କୁ ବଧ କରି ସୁବଳ ଓ ଦୁନ୍ଦୁଭିଙ୍କୁ ମାରିବାକୁ ଗଲାବେଳେ ତାଙ୍କ ସହ ଅଷ୍ଟ ମହାବିଦ୍ୟା ଯାଇଥିଲେ । ସେହି ଅଷ୍ଟମହାବିଦ୍ୟାଙ୍କ ମଧ୍ୟରେ ମା ହିଙ୍ଗୁଳା ଅନ୍ୟତମ । ତାଳଚେରସ୍ଥ ଏହି ପ୍ରସିଦ୍ଧ ହିଙ୍ଗୁଳାଙ୍କ ସମ୍ପର୍କରେ ଜନଶ୍ରୁତିରୁ ଜଣାଯାଏ ଯେ, ଏଠାରେ ପ୍ରବାହିତ ସିଙ୍ଗଡା ନଦୀରେ ଅକସ୍ମାତ ଜ୍ଵାଳାମୁଖୀ ଅଗ୍ନିଙ୍କର ଆବିର୍ଭାବ ଘଟିଲେ ହିଙ୍ଗୁଳାଙ୍କ ଅଧିଷ୍ଠାନ କରାଯାଉଥିଲା ଏବଂ କାଳକ୍ରମେ ଚୈତ୍ର ଶୁକ୍ଳ ଚତୁର୍ଦ୍ଦଶୀରେ ଅଗ୍ନିଜ୍ଵାଳା ରୂପେ ପୂଜାତା ହିଙ୍ଗୁଳାଙ୍କ ଯାତ୍ରା ଅନୁଷ୍ଠିତ ହେବାରେ ଲାଗିଲା । କ୍ରମେ ଏହା ହିଙ୍ଗୁଳାପୀଠକୁ ରୂପାନ୍ତରିତ ହେଇଥିଲା ।
ଗର୍ଭାବସ୍ଥା, (ଅନ୍ୟ ନାମ ପ୍ରେଗନାନ୍ସି ବା ଗ୍ରାଭିଡିଟି ବା ଜେସ୍ଟାସନ, ଇଂରାଜୀରେ ଯଥାକ୍ରମେ Pregnancy or gravidity or gestation) ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଅପତ୍ୟ (offspring) ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
୧୯୩୬ ଅପ୍ରେଲ ୧ ତାରିଖ ଦିନ ଏକ ରାଜ୍ୟ ଭାବେ ନବଗଠିତ ହେବା ସ୍ମୃତିରେ ଅପ୍ରେଲ ମାସ ୧ ତାରିଖ ଦିନ ଉତ୍କଳ ଦିବସ (ଓଡ଼ିଶା ଦିବସ) ପାଳନ କରାଯାଇଥାଏ । ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ । ୧୫୬୮ରେ ଶେଷ ହିନ୍ଦୁ ରାଜା ମୁକୁନ୍ଦ ଦେବଙ୍କ ଦେହାନ୍ତ ପରେ, ବ୍ରିଟିଶ ଶାସନରୁ ଅଲଗା ହୋଇ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତିଙ୍କ ଚେଷ୍ଟାରେ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ଆନ୍ଦୋଳନ ତେଜିଥିଲା । ପ୍ରଥମେ ଓଡ଼ିଶା ରାଜ୍ୟ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ଵର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ତିଆରି କରାଯାଇଥିଲା । ସାର ଅଷ୍ଟିନ ହବାକ ଓଡ଼ିଶାର ପହିଲା ରାଜ୍ୟପାଳ ଭାବରେ ଶପଥ ନେଇଥିଲେ । ୧୯୩୬ ମସିହା ଏପ୍ରିଲ ପହିଲା ଦିନ ଓଡ଼ିଶାକୁ ଏକ ସ୍ଵତନ୍ତ୍ର ରାଜ୍ୟର ମାନ୍ୟତା ମିଳିଲା। ୧୯୯୨ ମସିହାରେ ଓଡ଼ିଶାର ୧୩ଟି ଜିଲ୍ଲାକୁ ପୁନର୍ବିଭାଜନ କରି ୩୦ଟି ଜିଲ୍ଲାରେ ଭାଗ କରାଗଲା । ପ୍ରତି ବର୍ଷ ଏପ୍ରିଲ ପହିଲା ଦିନଟିକୁ ଓଡ଼ିଶା ଦିବସ ରୂପେ ପାଳନ କରା ଯାଇ ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର କର୍ଣ୍ଣଧାରମାନଙ୍କୁ ସମ୍ମାନ ଅର୍ପଣ କରାଯାଏ । , ଏବେ ଓଡ଼ିଶାରେ ୩୦ଟି ଜିଲ୍ଲା ରହିଛି ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଲିଓନ ହେଉଛି ଏକ ପ୍ରାଚୀନ ତଥା ଐତିହାସିକ ସହର।ପୂର୍ବ କେନ୍ଦ୍ରୀୟ ଫ୍ରାନ୍ସର ରୋନ-ଆଲପସ ଅଞ୍ଚଳ ଅନ୍ତର୍ଗତ ପ୍ୟାରିସ ଓ ମର୍ଶାଇଲ ମଧ୍ୟରେ ଏହା ଅବସ୍ତିତ।ପ୍ୟାରିସଠାରୁ ଏହାର ଦୂରତା ୪୭୦କିମି ଓ ମର୍ଶାଇଲ ଠାରୁ ୩୨୦କି.ମି। ଲିଓନ ହେଉଛି ରୋନ୍ ଅଞ୍ଚଳ ତଥା ରୋନ୍ ଅଞ୍ଚଳର ରାଜଧାନୀ ।ଅଷ୍ଟାଦଶ ଓ ଊନ୍ନବିଂଶ ଶତାବ୍ଦୀରେ ଏଠାରେ ଆଧୁନିକ ସହରର ମୂଳଦୁଆ ପଡ଼ିଥିଲା।ପରେ ଲୋକସଂଖ୍ୟା ବୃଦ୍ଧି ଓ ସହରର ବିକାଶ ଘଟି ତାହା ଫ୍ରାନ୍ସର ଦ୍ଵିତୀୟ ସର୍ବ ବୃହତ ସହରର ମାନ୍ୟତା ଲାଭ ପାଇଥିଲା।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ସାଇଖମ ମିରାବାଈ ଚାନୁ (ଜନ୍ମ ୮ ଅଗଷ୍ଟ ୧୯୯୪) ଜଣେ ଭାରତୀୟ ମହିଳା ଭାରୋତ୍ତୋଳନକାରୀ । ସେ ୨୦୧୭ ଆମେରିକାର ଆନାହେଇମରେ ହୋଇଥିବା ବିଶ୍ୱ ଭାରୋତ୍ତୋଳନ ଚ୍ୟାମ୍ପିୟନସିପର ୪୮ କିଗ୍ରା ବିଭାଗରେ ସ୍ୱର୍ଣ୍ଣପଦକ ଜିତିଥିଲେ । ଆଗରୁ ସେ କମନୱେଲ୍ଥ ଗେମ୍ସରେ ପଦକ ଓ ୨୦୧୪ରେ ଗ୍ଲାସଗୋରେ ହୋଇଥିବା କମନୱେଲ୍ଥ ଗେମ୍ସରେ ମହିଳା ୪୮ କିଗ୍ରା ବିଭାଗରେ ରୌପ୍ୟପଦକ ଜିତିଥିଲେ । ସେଠରେ ଆଉଜଣେ ଭାରତୀୟା କୁମୁକଚାମ ସଞ୍ଜିତା ସ୍ୱର୍ଣ୍ଣପଦକ ଜିତିଥିଲେ । ସେ ୨୦୧୮ ଗୋଲ୍ଡ଼ କୋଷ୍ଟ କମନୱେଲ୍ଥ ଗେମ୍ସରେ ସ୍ୱର୍ଣ୍ଣପଦକ ଜିଣି ଏକ କମନୱେଲ୍ଥ ଗେମ୍ସ ରେକର୍ଡ଼ ପ୍ରତିଷ୍ଠା କରିଛନ୍ତି । ମିରାବାଈ ୨୦୧୬ ରିଓ ଅଲମ୍ପିକ୍ସର ମହିଳା ୪୮ କିଗ୍ରା ବିଭାଗରେ ମନୋନୀତ ହୋଇଥିଲେ । ତେବେ ସେ କ୍ଲିନ ଆଣ୍ଡ ଜର୍କ ବିଭାଗରେ ସେ ତିନି ଥର ଭିତରେ ଏହା ସାରିବାରେ ଅସମର୍ଥ ହୋଇଥିଲେ । ୨୦୧୭ ଆମେରିକାର ଆନାହେଇମରେ ହୋଇଥିବା ବିଶ୍ୱ ଭାରୋତ୍ତୋଳନ ଚ୍ୟାମ୍ପିୟନସିପର ସେ ମହିଳା ୪୮ କିଗ୍ରା ବିଭାଗରେ ସେ ପ୍ରତିଯୋଗିତା ରେକର୍ଡ଼ରେ ସେ ସର୍ବମୋଟ ୧୯୪ କିଗ୍ରା (୮୫ କିଗ୍ରା ସ୍ନାଚ ଓ ୧୦୯ କିଗ୍ରା କ୍ଲିନ ଆଣ୍ଡ ଜର୍କ) ଭାରୋତ୍ତଳନ କରି ସେ ସ୍ୱର୍ଣ୍ଣପଦକ ଜିଣିଥିଲେ । ସେ ଭାରତୀୟ ରାଜ୍ୟ ମଣିପୁରରୁ । କ୍ରୀଡ଼ା ନିମନ୍ତେ ତାଙ୍କ ଅବଦାନ ନିମନ୍ତେ ମଣିପୁରର ରାଜ୍ୟପାଳ ଏନ.
ସାହିତ୍ୟ ଭାରତୀ କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ ।
ଗାଲିଲିଓଙ୍କ ଜନ୍ମ , ପିସାଠାରେ (ଫେବ୍ରୁୟାରୀ ୧୫ , ୧୫୬୪) ହେଇଥିଲା । (ଠିକ ସେହି ବର୍ଷ ୱିଲିୟମ ସେକ୍ସପିଅରଙ୍କ ମଧ୍ୟ ଜନ୍ମ ହୋଇଥିଲା) ଗାଲିଲିଓ ନିଜ ଛଅ ଭାଇ ଓ ଭଉଣୀଙ୍କ ଭିତରେ ବଡ ଥିଲେ । ଗାଲିଲିଓଙ୍କ ପିତା, ଭିନସେଞ୍ଜୋ ଗାଲିଲି (Vincenzo Galilei), ଇଟାଲୀର ପିସାଠାରେ ପଶମ ବ୍ୟବସାୟ କରୁଥିଲେ । ସମ୍ଭ୍ରାନ୍ତ ବଂଶରେ ଜନ୍ମ ହୋଇ ସୁଦ୍ଧା, ଆର୍ଥିକ ଅନଟନ ଯୋଗୁଁ ତାଙ୍କ ପିତା କୁଳ ଗୌରବ ରକ୍ଷାକରି ନପାରି ସଙ୍ଗୀତ ରଚନା କରି ପରିବାର ପରିପୋଷଣ କରୁଥାନ୍ତି । ଶେଷରେ ସେ ବ୍ୟବସାୟରେ ପଶିଲେ । ଗାଲିଲିଓ ସେତେବେଳେ ଛୋଟପିଲା ହୋଇଥିଲେ ମଧ୍ୟ ସଙ୍ଗୀତକୁ ଆଦରି ନେଲେ । ବଂଶୀ ବଜାଇ ଓ ଗୀତଗାଇ ସେ ସମସ୍ତଙ୍କୁ ମୁଗ୍ଧ କରି ଦେଉଥିଲେ । ସେ ଚିତ୍ର ଅଙ୍କିବାରେ ପାରଦର୍ଶୀ ଥିଲେ । ପିଲାଙ୍କ ପାଇଁ ଖେଳଣା ଓ କଣ୍ଢେଇ ମଧ୍ୟ ତିଆରି କରୁଥିଲେ । ଯିଏ ଦେଖୁଥିଲା ତାଙ୍କ ହାତର ପ୍ରଶଂସା ନକରି ରହିପାରୁନଥିଲା ।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି । ଗଣିତଜ୍ଞମାନେ ତର୍କ ସାହାଯ୍ୟରେ ସମସ୍ୟା ସମାଧାନ କରିଥାନ୍ତି । ଗଣିତଜ୍ଞମାନେ ଅନେକ ସମୟରେ ଅପସାରଣ ପଦ୍ଧତି ଅବଲମ୍ବନ କରନ୍ତି । ଉପଲବ୍ଧ ସତ୍ୟର ବ୍ୟବହାର କରି ନୂତନ ସତ୍ୟ ଆବିଷ୍କାର କରିବାର ବିଶେଷ ଉପାୟ ହେଉଛି ଅପସାରଣ । ଜଣେ ଗଣିତଜ୍ଞ ପାଇଁ, ଗୋଟିଏ ସତ୍ୟ ଓ ତାହାର କାରଣର ସତ୍ୟତା ଉଭୟ ଜରୁରୀ । ଅପସାରଣ ପଦ୍ଧତି ଅନ୍ୟ ଚିନ୍ତା ଓ ଗାଣିତିକ ଚିନ୍ତା ମଧ୍ୟରେ ପାର୍ଥକ୍ୟ ସୃଷ୍ଟି କରେ । ଗଣିତଜ୍ଞମାନେ ବିଭିନ୍ନ ବିଷୟରେ ସମାନତା ଅନୁଧ୍ୟାନ କରି ନୂତନ ସୂତ୍ର ସ୍ଥାପନ କରନ୍ତି । ଗାଣିତିକ ପ୍ରମାଣଦ୍ୱାରା ସେଗୁଡ଼ିକର ସତ୍ୟାସତ୍ୟ ନିର୍ଣୟ କରାଯାଏ । ଗାଣିତିକ ସମସ୍ୟାର ସମାଧାନ ପାଇଁ ବର୍ଷବର୍ଷ ଏପରିକି ଶତାବ୍ଦୀ ମଧ୍ୟ ବିତିଯାଏ । ଉନବିଂଶ ଶତାବ୍ଦୀରେ ଗିସେପ୍ପେ ପିନୋ (୧୮୫୮-୧୯୩୨), ଡେଭିଡ୍ ହିଲ୍ବର୍ଟ୍ (୧୮୬୨-୧୯୪୩) ଆଦିଙ୍କ ଉଲ୍ଲେଖନୀୟ କାର୍ଯ୍ୟ ପରେ, ପୂର୍ବପ୍ରମାଣିତ ସୂତ୍ରଦ୍ୱାରା ନୂତନ ସୂତ୍ରପାତ କରିବା ପ୍ରଥା ପ୍ରଚଳିତ ହୋଇଛି । ବାସ୍ତବ ପରିସ୍ଥିତିର ସଠିକ ଗାଣିତିକ ସୂତ୍ର ନିରୂପଣ ହେଲା ପରେ, ଗାଣିତିକ ତର୍କଦ୍ୱାରା ତାହାର ପୂର୍ବାନୁମାନ କରାଯାଇପାରେ ।
ବଲାଙ୍ଗୀର (ଲୋକ ସଭା ନିର୍ବାଚନ ମଣ୍ଡଳୀ)
ବଲାଙ୍ଗୀର ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ଆଲଫ୍ରେଡ ବର୍ଣ୍ଣାର୍ଡ ନୋବେଲ (ସ୍ୱେଡିସ ଉଚ୍ଚାରଣ: [ˈɑlfred noˈbɛl]) ହେଉଛନ୍ତି ଜଣେ ସ୍ୱେଡିସ ରସାୟନଶାସ୍ତ୍ରୀ, ଯନ୍ତ୍ରୀ ତଥା ଅସ୍ତ୍ରଶସ୍ତ୍ର ନିର୍ମାଣକାରୀ । ସେ ବୋଫୋର୍ସ କମ୍ପାନୀର ପୂର୍ବତନ ମାଲିକଥିଲେ । ତାଙ୍କର ୩୫୦ରୁ ଅଧିକ ପ୍ୟାଟେଣ୍ଟ ରହିଛି ସେଥିମଧ୍ୟରୁ ଡିନାମାଇଟ୍ ହେଉଛି ସବୁଠାରୁ ପରିଚିତ ଉଦ୍ଭାବନ। ସେ ତାଙ୍କ ଜୀବନକାଳରେ ଆୟର ଅଧିକାଂଶ ନୋବେଲ ଏକାଡେମୀ ଗଠନରେ ଲଗାଇଦେଇଥିଲେ। ଆଧୁନିକ କମ୍ପାନୀ ଡାଇନାମାଇଟ ନୋବେଲ ଓ ଆକ୍ଜୋ ନୋବେଲ ହେଉଛନ୍ତି ନୋବେଲ ପ୍ରତିଷ୍ଠା କରିଥିବା କମ୍ପାନୀର ବଂଶଜ।
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।
ସୌଭାଗ୍ୟ କୁମାର ମିଶ୍ର (ଜନ୍ମ ୫ ସେପ୍ଟେମ୍ବର ୧୯୪୧) ବ୍ରହ୍ମପୁର, ଓଡ଼ିଶାରେ ଜନ୍ମିତ ଜଣେ କବି । ୧୯୫୫ ମସିହାରୁ ଲେଖି ଆସୁଥିବା, ସୌଭାଗ୍ୟ ମିଶ୍ର ୨୫ରୁ ଊର୍ଦ୍ଧ୍ଵ ପୁସ୍ତକ ରଚନା କରିସାରିଛନ୍ତି । ଇଂରାଜୀ ଭାଷା ସାହିତ୍ୟରେ ସ୍ନାତକୋତ୍ତର ଡିଗ୍ରୀ ପ୍ରଥମ ଶ୍ରେଣୀରେ ପ୍ରଥମ ସ୍ଥାନ ଓ ଡକ୍ଟରେଟ ଉପାଧି ହାସଲ କରିବା ପରେ କଲେଜରେ ଅଧ୍ୟାପନା ଅାରମ୍ଭ କରିଥିଲେ । ବିଜେବି କଲେଜ ଓ ରେଭେନ୍ସା ମହାବିଦ୍ୟାଳୟ ଆଦିରେ ଶିକ୍ଷାଦାନ କରିବା ପରେ, ୧୯୭୮ରୁ ୨୦୦୧ ଯାଏଁ ବହ୍ମପୁର ବିଶ୍ୱବିଦ୍ୟାଳୟର ସ୍ନାତକୋତ୍ତର ଇଂରାଜୀ ବିଭାଗରେ ପ୍ରଫେସର ଭାବେ କାର୍ଯ୍ୟରତ ଥିଲେ । ୧୯୮୬ ମସିହାରେ ତାଙ୍କ କବିତା ସଂକଳନ "ଦ୍ୱା ସୁପର୍ଣ୍ଣା' ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ ।
ମିଳିତ ଜାତିସଂଘ ଗୋଟିଏ ଅନ୍ତଃ -ସରକାରୀ ଅନୁଷ୍ଠାନ ଯାହା ଅନ୍ତର୍ଜାତିକ ସହଯୋଗକୁ ବିକଶିତ କରିଥାଏ । ପୂର୍ବରୁ ନିଷ୍କ୍ରିୟ ଥିବା ଥିବା କେତେକ ରାଷ୍ଟ୍ରର ଗୋଷ୍ଠୀକୁ ପରିବର୍ତିତ ରୂପ ଦେଇ ୨୪ ଅକ୍ଟୋବର ୧୯୪୫ରେ ମିଳିତ ଜାତିସଂଘର ସଂସ୍ଥାପନା ହେଇଥିଲା । ଦ୍ଵିତୀୟ ମହାସମର ପରେ ଯେମିତି ସେପରି ନ ହୁଏ ସେତେବେଳେ ୫୧ଟି ସଦସ୍ୟ ରାଷ୍ଟ୍ରକୁ ନେଇ ଗଠନ ହେଇଥିବା ମିଳିତ ଜାତିସଂଘରେ ବର୍ତମାନ ସଦସ୍ୟ ସଂଖ୍ୟା ୧୯୩ । ମିଳିତ ଜାତିସଂଘର ମୁଖ୍ୟ କାର୍ଜ୍ୟାଳୟ ନିଉୟର୍କ ସହରର ମାନହାଟ୍ଟନଠାରେ ଅବସ୍ଥିତ । ଏହା ବ୍ୟତୀତ ଜେନେଭା , ନାଇରୋବି ,ଏବଂ ଭିଏନାରେ ମଧ୍ୟ ମୁଖ୍ୟ କାର୍ଜ୍ୟାଳୟ ସବୁ ରହିଛି ।ଏହି ସଂଗଠନ ସଦସ୍ୟ ରାଷ୍ଟ୍ର ସମୂହଙ୍କ ସ୍ଵେଚ୍ଛାକୃତ ଏବଂ ଆତ୍ମ ନିର୍ଧାରିତ ଅନୁଦାନଦ୍ଵାରା ପରିଚାଳିତ ହୁଏ । ଏହାର ମୂଳ ଲକ୍ଷ୍ୟ ହେଲା ଅନ୍ତର୍ଜାତିକ ଶାନ୍ତି ଓ ସୁରକ୍ଷା ବଜାୟ ରଖିବା , ମାନବିକ ଅଧିକାରର ଅଗ୍ରାଧିକାର , ସାମାଜିକ ଓ ଅର୍ଥନୈତିକ ସନ୍ତୁଳନ ରଖିବା , ପରିବେଶର ସୁରକ୍ଷା କରିବା ଓ ମରୁଡି ବା ପ୍ରକୃତିକ ଦୁର୍ବିପାକ ସମୟରେ ମାନବିକ ସାହାଯ୍ୟ ଯୋଗେଇଦେବା , ଓ ସାମରିକ ଦ୍ଵନ୍ଦର ସମାଧାନ କରିବା ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ଚୈତ୍ର ଶୁକ୍ଳ ନବମୀ ରାମ ନବମୀ ରୂପେ ପରିଚିତ । ଏହି ଦିନ ରାମଚନ୍ଦ୍ରଙ୍କ ଜନ୍ମୋତ୍ସବ ପାଳନ କରାଯାଏ । ତ୍ରେତୟା ଯୁଗରେ ଅଯୋଧ୍ୟାର ରାଜା ଥିଲେ ଦଶରଥ । ତାଙ୍କର ତିନିରାଣୀ କୌଶଲ୍ୟା, କୈକେୟୀ ଓ ସୁମିତ୍ରା । ରାଜାଙ୍କର ବଡଦୁଃଖ ଥିଲା ଯେ ତାଙ୍କର କୌଣସି ସନ୍ତାନ ନ ଥିଲେ ମହାନ ଇକ୍ଷାକୁ କୁଳରେ ଉତ୍ତରାଧିକାରୀ ହେବାକୁ । କୁଳଗୁରୁ ବଶିଷ୍ଠ ପ୍ରାର୍ଥିତ ସନ୍ତାନ ପ୍ରାପ୍ତି ନିମନ୍ତେ ଋଷିଶୃଙ୍ଗଙ୍କଦ୍ଵାରା ପୁତ୍ରେଷ୍ଟି ଯଜ୍ଞ କରିବାକୁ ଦଶରଥଙ୍କୁ ଉପଦେଶ ଦେଲେ । ରାଜା କୁଳଗୁରୁ ଉପଦେଶ ଅନୁସାରେ ମହାନ୍ ଋଷି ଋଷିଶୃଙ୍ଗଙ୍କୁ ଅଯୋଧ୍ୟାରେ ଯଜ୍ଞ କରିବାକୁ ତାଙ୍କ ଆଶ୍ରମକୁ ଯାଇ ପ୍ରାର୍ଥନା କଲେ । ବଶିଷ୍ଠ ଓ ଋଷିଶୃଙ୍ଗଦ୍ଵାରା ପୁତ୍ରେଷ୍ଟି ଯଜ୍ଞ ସମାପନ ପରେ ଯଜ୍ଞେଶ୍ଵର ଯଜ୍ଞକୁଣ୍ଡରୁ ଆବିର୍ଭୁତ ହୋଇ ଦଶରଥଙ୍କୁ ଏକ ଚରୁଅନ୍ନପୂର୍ଣ୍ଣ ପାତ୍ର ପ୍ରଦାନ କରି ରାଣୀମାନଙ୍କୁ ସେବନ କରିବାକୁ କହିଲେ । ଦଶରଥ ଅଧା ଚରୁଅନ୍ନ କୌଶଲ୍ୟାଙ୍କୁ ଓ ଅନ୍ୟଅଧା ଭାଗକୁ କୈକେଇଙ୍କୁ ପ୍ରଦାନ କଲେ । କୌଶଲ୍ୟା ଓ କୈକେୟୀ ନିଜନିଜର ଚରୁଅନ୍ନର ଅଧାଭାଗରୁ କନିଷ୍ଠା ରାଣୀ ସୁମିତ୍ରାଙ୍କୁ ସେବନ କରିବାକୁ ଦେଲେ । ଏହାର କିଛିଦିନ ପରେ ତିନିରାଣୀ ଅନ୍ତଃସତ୍ତ୍ଵା ହେଲେ । ପବିତ୍ର ଚୈତ୍ର ନବମୀଦିନ ଦ୍ଵିପ୍ରହରରେ କୌଶଲ୍ୟା ପ୍ରଭୁ ରାମଚନ୍ଦ୍ରଙ୍କୁ, କୈକେୟୀ ଭରତଙ୍କୁ ଓ ସୁମିତ୍ରା ଯମଜ ସନ୍ତାନ ଲକ୍ଷ୍ମଣ ଓ ଶତ୍ରୁଘ୍ନଙ୍କୁ ଜନ୍ମ ଦେଲେ । ବିଷ୍ଣୁଙ୍କ ସପ୍ତମ ଅବତାର ପ୍ରଭୁ ରାମଚନ୍ଦ୍ର ସ୍ଵଇଚ୍ଛାରେ ଅଧର୍ମର ବିଲୋପ ଓ ରାବଣ ଆଦି ରାକ୍ଷାସମାନଙ୍କୁ ସଂହାର କରିବାକୁ ପୃଥିବୀପୃଷ୍ଟରେ ଅବତରଣ କରିଥିଲେ । ବୟଃପ୍ରାପ୍ତ ହେବାପରେ ପ୍ରଭୁ ରାମଚନ୍ଦ୍ର ମିଥିଳା ନରେଶ ରାଜର୍ଷି ଜନକଙ୍କ ଦୁହିତା ଦେବୀ ସୀତାଙ୍କ ସହିତ ବିବାହ ହୋଇଥିଲା । ବାଲ୍ମିକୀ ରାମାୟଣ ମତେ ମାର୍ଗଶିର ଶୁକ୍ଳପଞ୍ଚମୀ ଦିନ ସେହି ବିବାହ ଅନୁଷ୍ଠିତ ହୋଇଥିଲା । ରାଜସୁଖକୁ ପରିହାର ପୂର୍ବକ ପିତୃସତ୍ୟ ପାଳନ କରି ଚଉଦ ବର୍ଷ ରାମଚନ୍ଦ୍ର ଦେବୀସୀତା ଓ ଅନୁଜ ଲକ୍ଷ୍ମଣଙ୍କୁ ସାଙ୍ଗରେ ଧରି ବନବାସ ଯାଇଥିଲେ । ଅରଣ୍ୟରୁ ଅରଣ୍ୟ ଘୂରିବୁଲୁଥିଲେ ଦୁଃଖ ଯନ୍ତ୍ରଣାକୁ ପାଥେୟ କରି । ଦଣ୍ଡକାରଣ୍ୟରେ ଅବସ୍ଥାନ କାଳରେ ଶ୍ରୀରାମ ଓ ଅନୁଜ ଲକ୍ଷ୍ମଣଙ୍କ ଅନୁପସ୍ଥିତିରେ ଦୁରାଚାରୀ ରାବଣ ମାତା ସୀତାଙ୍କୁ ଏକାକିନୀ ଦେଖି ଅପହରଣ କରିନେଲା । ରାବଣ ଓ ସମସ୍ତ ରାକ୍ଷାସ ମାନଙ୍କୁ ନିଧନ କରି ସୀତାଙ୍କୁ ଉଦ୍ଧାର ବେଳକୁ ଚଉଦ ବର୍ଷର ବନବାସ ପୂରିଯାଇଥିଲା । ଅଯୋଧ୍ୟା ପ୍ରତ୍ୟାବର୍ତ୍ତନ କରି ରାଜସିଂହାସନରେ ଅଭିସିକ୍ତ ହୋଇ ରାଜଧର୍ମ ପାଳନ ଅବସରରେ ପ୍ରଜାକୁଳକୁ ସମ୍ମାନ ଜଣାଇବାକୁ ଯାଇ ଲଙ୍କାରୁ ଉଦ୍ଧାର ସମୟରେ ସୀତା ଅଗ୍ନିପରୀକ୍ଷା ଦେଇଥିଲେ ମଧ୍ୟ ତାଙ୍କୁ ନିର୍ବାସନ ଦଣ୍ଡ ଦେଇଥିଲେ । ଶ୍ରୀରାମଙ୍କ ତାଙ୍କ ଅବତାରରେ ସଂପୂର୍ଣ୍ଣ ମାନବଜୀବନ ଯାପନ କରିଥିଲେ । ରାମନବମୀ ଉପଲକ୍ଷେ ନଅଦିନ ବ୍ୟାପୀ ଭଜନ କୀର୍ତ୍ତନ, ଅଖଣ୍ଡ ପାଠ ଆଦି ଚାଲେ ବିଶେଷ ଭାବରେ ରାମଚରିତ ମାନସ ପାଠ କରାଯାଏ ।