ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ଵତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହାଦ୍ଵାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ଵ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି । ଏହାର ବ୍ୟବହାର ଓ ସିଦ୍ଧାନ୍ତ ଗୁଡିକ ଉପରେ ଗବେଷଣା କରି ଏହାର ବିଭାଗୀକରଣ କରାଯାଇଛି । ଏହାର କିଛି ବିଷୟକୁ ଆମର ଦୈନନ୍ଦିନ ଜୀବନରେ ସଫଳ ଭାବେ ବ୍ୟବହାର କରାଯାଇପାରୁଥିବା ବେଳେ, ଅନ୍ୟ କଛି ବିଷୟକୁ କେବଳ ସମ୍ୟକ ଧାରଣା ଓ ଅନୁମାନକୁ ଆଧାର କରି ଭବିଷ୍ୟତରେ ଗବେଷଣା ପାଇଁ ବିଷୟବସ୍ତୁ ଭାବରେ ନିଆଯାଉଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ସ୍ଟେଫାନି ଜୋଆନୀ ଆଞ୍ଜେଲିନା ଜର୍ମାନୋଟ୍ଟା (ଜନ୍ମ: ୨୮ ମାର୍ଚ୍ଚ ୧୯୮୬), ଯିଏକି ଲେଡି ଗାଗା ଭାବରେ ପରିଚିତା ଜଣେ କଣ୍ଠଶିଳ୍ପୀ, ଗୀତିକା, ଅଭିନେତ୍ରୀ ଏବଂ ପ୍ରଯୋଜିକା । ସେ ତାଙ୍କର ଅପରିବର୍ତ୍ତିନ ଏବଂ ଉତ୍ତେଜକ କାମ ପାଇଁ ଅଧିକ ପରିଚିତା । ଗାଗା ତାଙ୍କର ଗାୟିକି ଜୀବନ ତାଙ୍କର ସ୍କୁଲ ବ୍ୟାଣ୍ଡ୍ ଏବଂ ବିଭିନ୍ନ ଖୋଲା ରଙ୍ଗମଞ୍ଚ ଜରିଆରେ ଆରମ୍ଭ କରିଥିଲେ । ସେ ଜଣେ ପେସାଦାର ଗାୟକ ହେବା ଆଗରୁ ନିୟୁର୍କ ବିଶ୍ୱବିଦ୍ୟାଳୟ ଅଧିନରେ ଥିବା ତିସ୍ଚ ସ୍କୁଲ ଅଫ୍ ଆର୍ଟସ୍ରେ ପଢ଼ୁଥିଲେ । ଡେଫ୍ ଜାମ୍ ରେକର୍ଡ଼ିଂସ୍ ତାଙ୍କର ଚୁକ୍ତିନାମ ରଦ୍ଧ କରିଦେବା ପରେ ଗାଗା ଜଣେ ଗୀତିକାର ଭାବରେ ସୋନୀ/ଏଟିଭି ମ୍ୟୁଜିକ୍ ପାଇଁ ଗୀତ ଲେଖିବା ଆରମ୍ଭ କରିଥିଲେ । ୨୦୦୭ରେ ସେ ଆକୋନଙ୍କ ସହ ମିଶି ଇଣ୍ଟରସ୍କୋପ୍ ରେକର୍ଡ଼ସ୍ ଏବଂ କୋନ୍ଲାଇଭ୍ ଡିଷ୍ଟ୍ରିବ୍ୟୁସନ୍ ପାଇଁ ଗୀତ ଗାଇବା ଆରମ୍ଭ କରିଥିଲେ । ସେ ସେହିବର୍ଷ ତାଙ୍କର ପ୍ରଥମ ଆଲବମ୍ କରିଥିଲେ । ତାଙ୍କର ପ୍ରଥମ ଆଲବମ୍ରେ ଡ୍ୟାନ୍ସ-ପପ୍ ଏବଂ ଏଲେକ୍ଟ୍ରୋପପ୍ ରହିଥିଲେ । ଏହାପରେ ତାଙ୍କର ଅନେକ ଆଲବମ୍ ସଫଳ ବ୍ୟବସାୟ କରିଥିଲା । ଗାଗାଙ୍କର ୨ୟ ବଡ଼ ଆଲବମ୍ ବର୍ଣ୍ ଦିସ୍ ୱେ ୨୦୧୧ରେ ଇଲେକ୍ଟ୍ରୋନିକ୍ ରକ୍ ଏବଂ ଟେକ୍ନୋ ତରିକାରେ ପ୍ରସ୍ତୁତ କରାଯାଇଥିଲା । ପ୍ରଥମ ସପ୍ତାହରେ ହିଁ ଏହି ଅଲବମ୍ଟି ୧୦ ଲକ୍ଷରୁ ଅଧିକ ଲୋକ କିଣିଥିଲେ । ଏହି ଆଲବମ୍ର ଶୀର୍ଷକ ଗୀତଟି ଆଇଟ୍ୟୁନ୍ ଷ୍ଟୋରରୁ ଗୋଟିଏ ସପ୍ତାହରୁ କମ୍ ସମୟରେ ୧୦ ଲକ୍ଷରୁ ଅଧିକଥର ଡାଉନ୍ଲୋଡ୍ ହୋଇଥିଲା । ଏହାପରେ ୨୦୧୩ରେ ତାଙ୍କର ୩ୟ ଆଲବମ୍ ଯୁକ୍ତରାଷ୍ଟ୍ର ଆମେରିକାରେ ବହୁଳ ବ୍ୟବସାୟ କରିବା ସହ ଅନେକ ଲୋକଙ୍କର ମନକୁ ଜିଣିଥିଲା ଓ ଇତିହାସ ରଚନା କରିଥିଲା । ୨୦୧୫ରେ ଗାଗା ଆମେରିକାର ଏକ ଦୂରଦର୍ଶନର ଏକ ଧାରାବାହିକରେ ଅଭିନୟ କରିଥିଲେ । ସେ ୨୦୧୫-୨୦୧୬ରେ ପ୍ରସାରିତ ଆମେରିକୀୟ ଧାରାବାହିକ ଆମେରିକାନ୍ ହରର୍ ଷ୍ଟୋରୀ: ହୋଟେଲ୍ରେ ଅଭିନୟ କରିଥିଲେ । ଏହି ଧାରାବାହିକରେ ତାଙ୍କର ଅଭିନୟ ପାଇଁ ଗୋଲ୍ଡେନ୍ ଗ୍ଲୋବ୍ ପୁରସ୍କାର ଉତ୍ସବରେ ଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର ପାଇଥିଲେ । ୨୦୧୬ ମସିହାରେ ଗାଗାଙ୍କର ମୁକ୍ତିଲାଭ କରିଥିବା ୫ମ ଆଲବମ୍ ଆମେରିକାର ଜଣେ ମହିଳାଙ୍କର ୨୦୧୦ ପରେ ଚାରୋଟି ଆଲବମ୍ର ରେକର୍ଡ଼ କରିଥିଲା । ୨୦୧୭ ଫେବୃଆରୀରେ ଗାଗା ସୁପର୍ ବଉଲ୍ ଏଲ୍.ଆଇ.
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଗୋଟିଏ ସ୍ଵାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ଵାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ଵ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ଦେବୁ ବୋଷ ଓଡ଼ିଶାରେ ଜନ୍ମଗ୍ରହଣ କରିଥିବା ଓଡ଼ିଆ କଥାଚିତ୍ର ଜଗତ ଜଣେ ଅଭିନେତା । ତପସ୍ୟା କଥାଚିତ୍ରରୁ, ସେ ଓଡ଼ିଆ ସିନେମାରେ ଅଭିନୟ କରିବା ଆରମ୍ଭ କରିଥିଲେ । ଅଭିନୟ ବ୍ୟତିତ, ସେ ନୃତ୍ୟ କ୍ଷେତ୍ରରେ ମଧ୍ୟ ନିପୂଣ । ଗୁରୁ କେଳୁଚରଣ ମହାପାତ୍ରଙ୍କଠାରୁ ନୃତ୍ୟ ଶିକ୍ଷାଗ୍ରହଣ କରିଥିବା, ଦେବୁ ଓଡ଼ିଆ ସିନେମାରେ ନୃତ୍ୟ ନିର୍ଦ୍ଦେଶନା ମଧ୍ୟ ଦେଇଛନ୍ତି । ଚଳଚ୍ଚିତ୍ର ବ୍ୟତିତ, ଦେବୁ ବୋଷ 'ଦିଗନ୍ତ' ନାମକ ନାଟ୍ୟ ଅନୁଷ୍ଠାନ ସହିତ ଜଡ଼ିତ ରହି ବହୁ ନାଟକରେ ଅଭିନେତା ଓ ନିର୍ଦ୍ଦେଶକ ମଧ୍ୟ ସାଜିଛନ୍ତି ।
କିରଣ ମାର୍ଟିନ୍ ଜଣେ ଭାରତୀୟ ଶିଶୁରୋଗ ବିଶେଷଜ୍ଞ, ସମାଜସେବୀ ଓ ଅଣ-ସରକାରୀ ପ୍ରତିଷ୍ଠାନ ଆଶାର ପ୍ରତିଷ୍ଠାତା, ଯାହା ସ୍ୱାସ୍ଥ୍ୟ ଓ ଗୋଷ୍ଠୀ ଉନ୍ନତି ଉଦ୍ଦେଶ୍ୟରେ କାମ କରେ । ଏହା ଦିଲ୍ଲୀର ପାଖାପାଖି ୫୦ଟି ବସ୍ତିର ୪୦୦,୦୦୦ ରୁ ୫୦୦,୦୦୦ ଲୋକଙ୍କ ପାଇଁ କାମ କରେ । ଭାରତ ସରକାର ତାଙ୍କୁ ୨୦୦୨ ମସିହାରେ ଚତୁର୍ଥ ସର୍ବବୃହତ୍ତ ବେସାମରିକ ସମ୍ମାନ ପଦ୍ମଶ୍ରୀରେ ସମ୍ମାନିତ କରିଥିଲେ ।
କାନ୍ଦଣା ଗୀତ ବା ବାହୁନା ଗୀତ ଓଡ଼ିଆ ବାହାଘରର ବିଭିନ୍ନ ସମୟରେ ଘରର ପ୍ରତ୍ୟେକ ସଦସ୍ୟଙ୍କୁ ଧରି କନିଆଁଦ୍ୱାରା ବୋଲାଯାଉଥିବା ରୋଦନ ସଙ୍ଗୀତ । ଏହି କାନ୍ଦଣା ଆଶୁକବିତା ଉପରେ ଆଧାରିତ । ଝିଅ ନିଜ ପରିବେଶରେ ଦେଖୁଥିବା ଘଟଣା ଓ ଶାଶୂଘର ସମ୍ବନ୍ଧରେ ଯାହା ଶୁଣିଥାଏ ତାହାକୁ ଆଧାର କରି ଗୀତ ବୋଲି ପ୍ରକାଶ କରିଥାଏ । ବାହାଘର ଆଅଗରୁ ଝିଅ ଶାଶୂଘର ବାବଦରେ କିଛି ଜାଣିନଥିବା ବେଳେ ଲାଜ ହେତୁ ସେ ନିଜର ସ୍ୱାମୀ ଓ ଶାଶୂଘର ପରିବାରର ଆଉ କାହା ବିଷୟରେ କିଛି ପଚାରିବାର ସୁଯୋଗ ପାଇନଥାଏ । ଅଜଣା ପରିବେଶରେ ନୂଆ ଲୋକଙ୍କ ସହିତ କିପରି ଚଳିବ ତାହା ଝିଅଟି କାନ୍ଦଣା ବୋଲି ଜଣାଇଥାଏ । ବାହୁନିବା ପ୍ରସଙ୍ଗରେ ଝିଅମାନେ ପୌରାଣିକ ଆଖ୍ୟାୟିକାମାନ ମଧ୍ୟ ବୋଲିଥାନ୍ତି । ପରିବାରର ବୟୋଜ୍ୟୋଷ୍ଠା ନାରୀମାନେ ଝିଅମାନଙ୍କୁ ଏହି ବାହୁନା ଶିଖାଇଥାନ୍ତି । ଏକବିଂଶ ଶତାବ୍ଦୀ ବେଳକୁ ଏହି ପରମ୍ପରା ଧୀରେ ଧୀରେ ଲୋପ ପାଇବା ଆରମ୍ଭ କରିଥିଲା।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ଵଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ପଖାଳ (ପଖାଳ ଭାତ ନାମରେ ମଧ୍ୟ ଜଣା) ଭାତରେ ପାଣି ମିଶାଇ ତିଆରି କରାଯାଉଥିବା ଏକ ଓଡ଼ିଆ ଖାଦ୍ୟ । ଏହା ଜଗନ୍ନାଥ ମନ୍ଦିରରେ ତିଆରି ଛପନ ଭୋଗ ଭିତରୁ ଏକ । ପଖାଳ ଖରା ଦିନରେ ଓଡ଼ିଆ ଘରମାନଙ୍କରେ ଦେହରୁ ତାତି କମାଇବା ପାଇଁ ତଥା ପେଟ ଗରମ ଓ ଦେହରେ ପାଣି କମିଯିବା ଭଳି ରୋଗର ପ୍ରତିକାର ନିମନ୍ତେ ଖିଆଯାଇଥାଏ । ଭାତକୁ ପାଣିରେ ପଖାଳି ତିଆରି କରାଯାଉଥିବାରୁ ଏହାକୁ ପଖାଳ କୁହାଯାଏ । ଏହାର ପାଣିକୁ ତୋରାଣି କୁହାଯାଏ । ପଖାଳ ଓଡ଼ିଶା ବ୍ୟତୀତ ଆସାମ, ପଶ୍ଚିମ ବଙ୍ଗ, ଝାଡ଼ଖଣ୍ଡ, ବିହାର ଓ ଛତିଶଗଡ଼ରେ ମଧ୍ୟ ପ୍ରଚଳିତ । ଆସାମରେ ଏହାକୁ "ପୋଇତା ଭାତ", ପଶ୍ଚିମ ବଙ୍ଗରେ "ପନ୍ତ ଭାତ", ଝାଡ଼ଖଣ୍ଡ ଓ ବିହାରରେ "ମାରା ଭାତ" ଓ ଛତିଶଗଡ଼ରେ ପଖାଳ ବା "ବୋରେ ଭାତ" କହନ୍ତି । ତାମିଲନାଡୁରେ ଏହା ବକାଳ ବାତ ନାମରେ ଜଣା । ସେଠାରେ ବିବାହ ଆଦି ମାଙ୍ଗଳିକ କାର୍ଯ୍ୟରେ ଏବେ ମଧ୍ୟ ପରଷା ଯାଏ । ପଖାଳ ସାଧାରଣତଃ ଦିନରେ (ସକାଳେ) ଖିଆଯାଏ । ଖରାଦିନରେ ଖରାବେଳେ, କେହି କେହି ଉପରଓଳି ମଧ୍ୟ ଖାଇଥାଆନ୍ତି ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଅନ୍ନପୂର୍ଣ୍ଣା ରଙ୍ଗମଞ୍ଚ (ବା ଅନ୍ନପୂର୍ଣ୍ଣା ଥିଏଟର) ଏକ ଓଡ଼ିଆ ରଙ୍ଗମଞ୍ଚ କମ୍ପାନୀ । ପୁରୀରେ ଅବସ୍ଥିତ ଥିବା ଏହି ରଙ୍ଗମଞ୍ଚ ଆଧୁନିକ ଓଡ଼ିଆ ମଞ୍ଚ ନାଟକର ଏନ୍ତୁଡ଼ିଶାଳ କୁହାଯାଏ । ଲୋକପ୍ରିୟତା ଓ ନାଟକର ଆବଶ୍ୟକତାକୁ ଦୃଷ୍ଟିରେ ରଖି ୧୯୪୪ ମସିହାରେ ଏହା ଦୁଇଭାଗ ହୋଇଥିଲା । ଶ୍ରୀକ୍ଷେତ୍ରରେ ହୋଇଥିବା ଗ୍ରୁପଟି ‘କ’ ଗ୍ରୁପ ବୋଲାଉଥିବା ବେଳେ କଟକ ଅନ୍ନପୂର୍ଣ୍ଣା ଥିଏଟରକୁ ଗ୍ରୁପ ‘ଖ’ ବୋଲି କୁହାଯାଏ । ବର୍ତ୍ତମାନ ଏହା ଜରାଜୀର୍ଣ୍ଣ ଅବସ୍ଥାରେ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ଵବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ଵତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି । ତାଙ୍କର ଲେଖା ଗଭୀର ସତକଥା, ନାନା ଅସୁବିଧା ଭିତରେ ଲୁଚି ରହିଥିବା ଘଟଣା, ଏକାସାଙ୍ଗରେ ବ୍ୟଙ୍ଗ ଓ ଗଭୀର ଦର୍ଶନରେ ଭରା ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨)ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଆଦି ଶଙ୍କର (ସଂସ୍କୃତ : आदिशङ्करः) (୭୮୮- ୮୨୦ ଖ୍ରୀଷ୍ଟାବ୍ଦ) ଏକାଧାରରେ ଜଗତର ଅନ୍ୟତମ ଧର୍ମଗୁରୁ, ଦାର୍ଶନିକ, ସମାଜ ସଂସ୍କାରକ ଓ ବେଦାନ୍ତର ମୂଖ୍ୟ ପ୍ରବକ୍ତା । ସେ ଆଦି ଶଙ୍କର ଓ ଶଙ୍କର ଭଗବତ୍ ପାଦ ନାମରେ ମଧ୍ୟ ପରିଚିତ । ଅଦ୍ଵୈତ ବେଦାନ୍ତର ଶେଷ୍ଠ ପ୍ରବକ୍ତା ରୂପରେ ସେ ବିଶ୍ଵର ଦାର୍ଶନିକ ମଣ୍ଡଳୀରେ ସ୍ଵୀକୃତ ଓ ସମାଦୃତ । ସେ ଦଶନାମୀ ସନ୍ୟାସୀ ସମ୍ପ୍ରଦାୟର ପ୍ରତିଷ୍ଠା କରିଥିଲେ । ହିନ୍ଦୁ ଧର୍ମର ପୁନଃ ସ୍ଥାପନା ଏବଂ ସମାଜ ସଂସ୍କାରରେ ତାଙ୍କର ଦାନ ଅତୂଳନୀୟ
ମାୟାଧର ମାନସିଂହ (୧୯୦୫-୧୯୭୩) ଖୋର୍ଦ୍ଧା ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ଵବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡରହାମ ବିଶ୍ଵବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
୧୯୩୬ ଅପ୍ରେଲ ୧ ତାରିଖ ଦିନ ଏକ ରାଜ୍ୟ ଭାବେ ନବଗଠିତ ହେବା ସ୍ମୃତିରେ ଅପ୍ରେଲ ମାସ ୧ ତାରିଖ ଦିନ ଉତ୍କଳ ଦିବସ (ଓଡ଼ିଶା ଦିବସ) ପାଳନ କରାଯାଇଥାଏ । ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ । ୧୫୬୮ରେ ଶେଷ ହିନ୍ଦୁ ରାଜା ମୁକୁନ୍ଦ ଦେବଙ୍କ ଦେହାନ୍ତ ପରେ, ବ୍ରିଟିଶ ଶାସନରୁ ଅଲଗା ହୋଇ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତିଙ୍କ ଚେଷ୍ଟାରେ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ଆନ୍ଦୋଳନ ତେଜିଥିଲା । ପ୍ରଥମେ ଓଡ଼ିଶା ରାଜ୍ୟ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ଵର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ତିଆରି କରାଯାଇଥିଲା । ସାର ଅଷ୍ଟିନ ହବାକ ଓଡ଼ିଶାର ପହିଲା ରାଜ୍ୟପାଳ ଭାବରେ ଶପଥ ନେଇଥିଲେ । ୧୯୩୬ ମସିହା ଏପ୍ରିଲ ପହିଲା ଦିନ ଓଡ଼ିଶାକୁ ଏକ ସ୍ଵତନ୍ତ୍ର ରାଜ୍ୟର ମାନ୍ୟତା ମିଳିଲା। ୧୯୯୨ ମସିହାରେ ଓଡ଼ିଶାର ୧୩ଟି ଜିଲ୍ଲାକୁ ପୁନର୍ବିଭାଜନ କରି ୩୦ଟି ଜିଲ୍ଲାରେ ଭାଗ କରାଗଲା । ପ୍ରତି ବର୍ଷ ଏପ୍ରିଲ ପହିଲା ଦିନଟିକୁ ଓଡ଼ିଶା ଦିବସ ରୂପେ ପାଳନ କରା ଯାଇ ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର କର୍ଣ୍ଣଧାରମାନଙ୍କୁ ସମ୍ମାନ ଅର୍ପଣ କରାଯାଏ । , ଏବେ ଓଡ଼ିଶାରେ ୩୦ଟି ଜିଲ୍ଲା ରହିଛି ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ଵରୂପରାଣୀ ଥିଲା । ସେ ସ୍ଵାଧିନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ଵାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ମୂତ୍ରାଙ୍ଗ ସଂକ୍ରମଣ (Urinary Tract) ଅର୍ଥ ମୂତ୍ର ପ୍ରସ୍ତୁତ କରିବା ଯନ୍ତ୍ର ବୃକକ (Kidney), ମୂତ୍ର ପରିବହନ ନଳୀ (Ureter), ମୂତ୍ରାଶୟ (Urinary Bladder) ଓ ନିଷ୍କାସନ ନଳୀ (Urethra) ସମୂହର ଯେ କୌଣସି ଅଂଶର ସଂକ୍ରମଣ । ଏହାର ବିଭିନ୍ନ ଅଂଶ ଜୀବାଣୁଦ୍ଵାରା ସଂକ୍ରମିତ ହୋଇଥାଏ । ନିମ୍ନ ମୂତ୍ରାଙ୍ଗ ବା ମୂତ୍ରାଶୟ ସଂକ୍ରମଣକୁ ସିସ୍ଟାଇଟିସ (Cystitis), ପରିବହନ ନଳୀର ପ୍ରାରମ୍ଭିକ ଅଂଶ ସଂକ୍ରମଣକୁ ପାଏଲୋନେଫ୍ରାଇଟିସ୍ (Pyelonephritis))., ନିଷ୍କାସନ ନଳୀ ସଂକ୍ରମଣକୁ ୟୁରେଥ୍ରାଇଟିସ୍ (Urethritis) କୁହାଯାଏ । ନିମ୍ନ ମୂତ୍ରାଙ୍ଗ ସଂକ୍ରମଣରେ ମୂତ୍ରତ୍ୟାଗ ସମୟରେ ଯନ୍ତ୍ରଣା ହୁଏ, ବାରମ୍ବାର ପରିସ୍ରା ହୁଏ ଓ ମୂତ୍ରାଶୟ ଖାଲି ଥିଲେ ମଧ୍ୟ ପରିସ୍ରା କରିବାକୁ ଅନୁଭବ ହୁଏ । ବୃକ୍କ ସଂକ୍ରମଣ ହେଲେ ଉପରଲିଖିତ ଲକ୍ଷଣ ସହିତ ଜ୍ୱର ଓ ପେଟ ଦୁଇ ପାଖରେ ଯନ୍ତ୍ରଣା ହୁଏ । କ୍ୱଚିତ ପରିସ୍ରା ରକ୍ତାକ୍ତ ହୁଏ । ରୋଗୀ ଅତି ଛୋଟ ବା ଅତି ବୟସ୍କ ହୋଇଥିଲେ ଲକ୍ଷଣ ଅନିଶ୍ଚିତ ବା ଅନିର୍ଦ୍ଦିଷ୍ଟ ଥାଏ ।
ଭୁବନେଶ୍ଵର ଭୁବନେଶ୍ଵର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ଵର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ଵର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ଵାରା ବିଶେଷ ଆଦୃତ ହୋଇଅଛି ।
ସାହିତ୍ୟ ଭାରତୀ କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ଆସାଇକ୍ଲୋଭିର, ଅନ୍ୟ ନାମ ଏସିକ୍ଲୋଭିର ବା ଆସାଇକ୍ଲୋଗୁଆନୋସିନ ଏକ ପ୍ରକାର ଭୁତାଣୁନିରୋଧି ଔଷଧ ପ୍ରଥମିକ ଭାବରେ ଏହା ସାମାନ୍ୟ ହର୍ପିସ ଭୁତାଣୁ (herpes simplex virus), ହାଡ଼ଫୁଟି, ଓ ହର୍ପିସ ଜୋସ୍ଟର ସଂକ୍ରମଣ ନିମନ୍ତେ ବ୍ୟବହୃତ ହେଉଥିଲା । ଅନ୍ୟାନ୍ୟ ବ୍ୟବହାର ମଧ୍ୟରେ ପ୍ରତିରୋପ ପରବର୍ତ୍ତୀ ସାଇଟୋମେଗାଲୋଭୁତାଣୁ ଓ ଏପସ୍ଟେନ-ବାର ଭୁତାଣୁ ସଂକ୍ରମଣ ମୂଖ୍ୟ । ଏହା ପାଟି ନିମନ୍ତେ ଓ ଶୀରାରେ ଦେବା ନିମନ୍ତେ ଥାଏ ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ବାମାପଦ ତ୍ରିପାଠୀ ଏବେ ସମାଜର ସମ୍ପାଦକ ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ଵାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ନରେନ୍ଦ୍ର ଦାମୋଦରଦାସ ମୋଦୀ (ଜନ୍ମ: ୧୭ ସେପ୍ଟେମ୍ବର ୧୯୫୦) ଭାରତର ୧୫ମ ପ୍ରଧାନମନ୍ତ୍ରୀ । ସେ ଭାରତୀୟ ଜନତା ପାର୍ଟିର ଜଣେ ପ୍ରମୁଖ ସଦସ୍ୟ। ସେ ୨୦୧୪ ଲୋକ ସଭା ନିର୍ବାଚନରେ ଭାରତର ପ୍ରମୁଖ ବିପକ୍ଷ ଦଳ ଭାରତୀୟ ଜନତା ପାର୍ଟି ତରଫରୁ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ଗଠବନ୍ଧନର ପ୍ରଧାନମନ୍ତ୍ରୀ ପ୍ରାର୍ଥୀଭାବେ ନିର୍ବାଚନ ଲଢିଥିଲେ ଏବଂ ଉତ୍ତର ପ୍ରଦେଶ ଓ ଗୁଜରାଟରୁ ଯଥାକ୍ରମେ ବାରଣାସୀ ଓ ଭଦୋଦରାରୁ ବିଜୟୀ ହୋଇଥିଲେ । ୧୯୯୮ ମସିହାରେ ଭାରତୀୟ ଜନତା ପାର୍ଟିର ନେତା ଲାଲ କୃଷ୍ଣ ଆଡ଼ଭାନୀଙ୍କଦ୍ଵାରା ଗୁଜରାଟ ଏବଂ ହିମାଚଳ ପ୍ରଦେଶର ନିର୍ବାଚନ ପ୍ରଚାର ପାଇଁ ପସନ୍ଦ କରାଯାଇଥିଲା । ୨୦୦୧ ମସିହାରେ ଗୁଜରାଟର ପୂର୍ବତନ ମୂଖ୍ୟମନ୍ତ୍ରୀ କେଶୁଭାଇ ପଟେଲ ଇସତଫା ଦେବାପରେ ସେ ମୂଖ୍ୟମନ୍ତ୍ରୀ ଭାବେ ୨୦୦୧ ଅକ୍ଟୋବର ୭ ତାରିଖରେ ଶପଥ ଗ୍ରହଣ କରିଥିଲେ । ପୁନର୍ବାର ୨୦୦୭ ଗୁଜରାଟ ବିଧାନ ସଭା ନିର୍ବାଚନରେ ବିପୁଳ ସମର୍ଥନରେ ବିଜୟୀ ହୋଇ ସେ ତୃତୀୟ ଥର ପାଇଁ ମୂଖ୍ୟମନ୍ତ୍ରୀ ହୋଇଥିଲେ । ସେ ଉଭୟ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ଜଣେ ବିବାଦୀୟ ବ୍ୟକ୍ତି।
ନିର୍ବାଚନ କମିସନର ପ୍ରତିଷ୍ଠା ଦିବସ ଜାନୁଆରୀ ୨୫ ତାରିଖକୁ ଜାତୀୟ ମତଦାତା ଦିବସ ଭାବେ ପାଳନ କରାଯାଏ । ୨୦୧୧ରେ ପ୍ରଥମଥର ପାଇଁ ଜାନୁଆରୀ ୨୫ତାରିଖକୁ ଜାତୀୟ ମଦଦାତା ଦିବସ ଭାବେ ପାଳନ କରାଯିବା ସହ ପ୍ରତ୍ୟେକ ବର୍ଷ ଏହି ଦିନଟିକୁ ଭୋଟରମାନଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ ପାଇଁ ନିଷ୍ପତ୍ତି ନିଆଯାଇଥିଲା । ଏହି ଦିବସ ପାଳନର ଉଦ୍ଦେଶ୍ୟ ଗଣତାନ୍ତ୍ରୀକ ନିର୍ବଚକ ପ୍ରକ୍ରିୟାରେ ସାଧାରଣ ନାଗରିକ ବିଶେଷ କରି ଯୁବବର୍ଗର ଭୋଟରଙ୍କୁ ଅଧିକରୁ ଅଧିକ ସଂଖ୍ୟାରେ ସକ୍ରିୟ ଅଂଶଗ୍ରହଣକୁ ଉତ୍ସାହିତ କରିବା ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ତୁଙ୍ଗନାଥ , ପୃଥିବୀର ଉଛତମ ଶିବ ମନ୍ଦିର । ଏହା ଭାରତୀୟ ରାଜ୍ୟ ଉତ୍ତରଖଣ୍ଡର ରୁଦ୍ରପ୍ରୟାଗ ଜିଲ୍ଲାରେ ଥିବା ରଙ୍ଗନାଥ ପର୍ବତମାଳାର ପାଞ୍ଚ କେଦାର ମନ୍ଦିର ଭିତରୁ ଅନ୍ୟତମ ।ତୁଙ୍ଗନାଥ ପର୍ବତମାଳା ମନ୍ଦାକିନୀ ନଦୀ ଓ ଅଳକାନନ୍ଦା ନଦୀର ଉପତ୍ୟକା ଅଞ୍ଚଳ ସୃଷ୍ଟି କରିଥାଏ । ତୁଙ୍ଗନାଥ ମନ୍ଦିର ସମୁଦ୍ରପତ୍ତାନ ଠାରୁ 12,073 ଫୁଟ ଉପରେ ଚନ୍ଦ୍ରଶିଳାର ଶିଖରର ନିକଟରେ ରହିଛି । ଏହା ହିନ୍ଦୁ ଦେବତା ଶିବଙ୍କ ଉପାସନା ପିଠ । ମଦିର 1000 ବର୍ଷ ଆଗରୁ ନିର୍ମିତ ହେଇଥିବାର କୁହାଯାଇଥାଏ ଓ ଏହା ପାଞ୍ଚ କେଦାର ମନ୍ଦିର ମାଳରେ ତୃତୀୟ ମନ୍ଦିର । ଏହାକୁ ତୃତୀୟ କେଦାର ମଧ୍ୟ କୁହାଯାଏ । କିମ୍ବଦନ୍ତୀ ଅନୁସାରେ ଏହା ମହାଭାରତର ପାଣ୍ଡବ ମାନଙ୍କ ସହ ସଂଶ୍ଳିଷ୍ଟ ।
ଭଗବାନ ବିଷ୍ଣୁଙ୍କର ଦଶାବତାର କଥା ଶୁଣିଲେ ଓ ଓଡ଼ିଶୀ ନାଚର ଦଶ ଅବତାର ଭଙ୍ଗୀ ଦେଖିଲେ ବୁଝାପଡ଼େ ମଣିଷ କିପରି ଏ ପୃଥିବୀକୁ ଆସିଲା । ବିବର୍ତ୍ତନବାଦୀମାନେ କହନ୍ତି, ପୃଥିବୀଟା ବହୁ ପୁରାକାଳରେ ଖାଲି ବାଷ୍ପମୟ ଥିଲା । କ୍ରମେ କ୍ରମେ ସେ ବାଷ୍ପରାଶି ଶୀତଳ ହୋଇଯାଇ ନାନାପ୍ରକାର ପଦାର୍ଥ ଓ ରାସାୟନିକ ଦ୍ରବ୍ୟରେ ପରିଣତ ହେଲା । ପାଣି ମଧ୍ୟ ତିଆରି ହେଲା । ସେ ପାଣିରେ ପ୍ରଥମେ ଛୋଟ ଛୋଟ ଜୀବ ଉତ୍ପନ୍ନ ହେଲେ । ସେ ଛୋଟ ଛୋଟ ଜୀବ ନାନା ଘାତ ପ୍ରତିଘାତ ମଧ୍ୟରେ ଯାଇ ଆସ୍ତେ ଆସ୍ତେ ଉନ୍ନତ ଧରଣର ହେଲେ । ପରେ ମାଛମାନଙ୍କର ଆବିର୍ଭାବ ହେଲା । ସେ ମାଛମାନେ କ୍ରମେ କ୍ରମେ ଜଳରୁ ସ୍ଥଳଭାଗକୁ ଆସିଲେ । ତା ପରେ ନାନା ପ୍ରକାର ସରୀସୃପ ବା ସାପ ଜାତୀୟ ଓ ବେଙ୍ଗ ଜାତୀୟ ଜୀବ ସୃଷ୍ଟି ହେଲେ । ସେଥିରୁ କ୍ରମେ କ୍ରମେ ନାନା ପ୍ରକାର ଡାଇନୋସର ଓ ଅନ୍ୟାନ୍ୟ ପ୍ରକାରର ଜୀବ ସୃଷ୍ଟି ହୋଇ ଶେଷରେ ମାଙ୍କଡମାନଙ୍କର ଆବିର୍ଭାବ ହେଲା । ଏସବୁ ହେବାକୁ କୋଟି କୋଟି ବର୍ଷ ଲାଗିଥିଲା ବୋଲି ବୈଜ୍ଞାନିକମାନେ କହନ୍ତି । ତା ପରେ ଆସିଲା ମଣିଷ ।
ବଳଦେବ ରଥ (୧୭୮୯ - ୧୮୪୫) ଗଞ୍ଜାମ ଜିଲ୍ଲାର ଜଣେ ଓଡ଼ିଆ ରୀତି ଯୁଗର କବି । ସେ କବିସୂର୍ଯ୍ୟ ଭାବେ ପରିଚିତ । ଏକାଧାରରେ ଜଣେ କବି ଓ ସଙ୍ଗୀତକାର ଭାବରେ କବିତା, ଚମ୍ପୂ ଆଦିର ରଚନା କରି ସ୍ଵରସଂଯୋଜନା କରିଥିଲେ । ଗଞ୍ଜାମ ଜିଲ୍ଲାର ଢୁମ୍ପା ସଙ୍ଗୀତକୁ କବିସୂର୍ଯ୍ୟ ଆରମ୍ଭ କରିଥିଲେ ଓ ଗୀତ ରଚନା କରିଥିଲେ । ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।
ପ୍ରହ୍ଲାଦ ନାଟକ ବା ପ୍ରହଲ୍ଲାଦ ନାଟକ (ରଜା ନାଟ, ରଜା ନାଟକ ଭାବେ ମଧ୍ୟ ପରିଚିତ) ଗଞ୍ଜାମ ଜିଲ୍ଲାରେ ଅଭିନୀତ ଏକ ଲୋକନାଟକ ଅଟେ । ଏଥିରେ ନୃସିଂହଙ୍କ କଥା ଗୀତନାଟ୍ୟ ମାଧ୍ୟମରେ ପରିବେଷିତ ହୁଏ । ଏହାର ପ୍ରମୁଖ ଲେଖା ରାଜା ରାମକୃଷ୍ଣ ଛୋଟରାୟଙ୍କ ନାମରେ ଭଣିତ । ପ୍ରହ୍ଲାଦ ନାଟକର ଗୀତଗୁଡ଼ିକରେ ରାମକୃଷ୍ଣଙ୍କ ନାମରେ ଭଣିତା ଥିଲେ ସୁଦ୍ଧା ଏହାକୁ କବି ଗୌରହରି ପରିଚ୍ଛା ଲେଖିଛନ୍ତି ବୋଲି ଗବେଷକଙ୍କଦ୍ୱାରା ଗୃହୀତ । ପରେ ଏହାଙ୍କ ଅନୁକରଣରେ ପାରଳାଖେମୁଣ୍ଡିର ଗଜପତି ମହାରାଜ ପଦ୍ମନାଭ ନାରୟଣ ଦେବ 'ଶ୍ରୀ ସଙ୍ଗୀତ ପ୍ରହ୍ଲାଦ ନାଟକ' ରଚନା କରିଥିଲେ ।
ବିଶ୍ଵନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କ ଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ମୁଁ ଖାଣ୍ଟି ଓଡ଼ିଆ ଝିଅ, ୨୦୧୭ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରର ପ୍ରଯୋଜନା କରିଥିଲେ ରାଜେନ୍ଦ୍ର ସିଂ ଭୁର୍ଜି ଏବଂ ଅବତାର ସିଂ ଭୁର୍ଜି । ଅବତାର ସିଂ ଏହି ଚଳଚ୍ଚିତ୍ରର କାହାଣୀ ଲେଖିଥିଲେ ଏବଂ ସତ୍ୟନାରାୟଣ ସାହୁ ଏହି କଥଚିତ୍ରର ସଂଳାପ ଲେଖିଥିଲେ । ଅବତାର ସିଂ ଏହି ଚଳଚ୍ଚିତ୍ରର ଚିତ୍ରନାଟ୍ୟ ନିର୍ଦ୍ଦେଶନା ଦେଇଥିଲେ । ଏହି କଥାଚିତ୍ରଟିରେ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ବୈଦ୍ୟନାଥ ଦାଶ, ଗୋପାଳ ବିଶ୍ୱାଳ ଏବଂ ମାନସ କୁମାର । ଅସୀମା ପଣ୍ଡା, ହ୍ୟୁମାନ ସାଗର, ତପୁ ମିଶ୍ର, ଶ୍ରୀଚରଣ, ଶୈଳଭାମା, ତାରିକ୍, ପପୁ ପମ ପମ, ସଞ୍ଜୁ ମହାନ୍ତି ଆଦି କଣ୍ଠଶିଳ୍ପୀମାନେ ଏହି କଥାଚିତ୍ରରେ କଣ୍ଠଦାନ କରିଥିଲେ ।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି । ଗଣିତଜ୍ଞମାନେ ତର୍କ ସାହାଯ୍ୟରେ ସମସ୍ୟା ସମାଧାନ କରିଥାନ୍ତି । ଗଣିତଜ୍ଞମାନେ ଅନେକ ସମୟରେ ଅପସାରଣ ପଦ୍ଧତି ଅବଲମ୍ବନ କରନ୍ତି । ଉପଲବ୍ଧ ସତ୍ୟର ବ୍ୟବହାର କରି ନୂତନ ସତ୍ୟ ଆବିଷ୍କାର କରିବାର ବିଶେଷ ଉପାୟ ହେଉଛି ଅପସାରଣ । ଜଣେ ଗଣିତଜ୍ଞ ପାଇଁ, ଗୋଟିଏ ସତ୍ୟ ଓ ତାହାର କାରଣର ସତ୍ୟତା ଉଭୟ ଜରୁରୀ । ଅପସାରଣ ପଦ୍ଧତି ଅନ୍ୟ ଚିନ୍ତା ଓ ଗାଣିତିକ ଚିନ୍ତା ମଧ୍ୟରେ ପାର୍ଥକ୍ୟ ସୃଷ୍ଟି କରେ । ଗଣିତଜ୍ଞମାନେ ବିଭିନ୍ନ ବିଷୟରେ ସମାନତା ଅନୁଧ୍ୟାନ କରି ନୂତନ ସୂତ୍ର ସ୍ଥାପନ କରନ୍ତି । ଗାଣିତିକ ପ୍ରମାଣଦ୍ୱାରା ସେଗୁଡ଼ିକର ସତ୍ୟାସତ୍ୟ ନିର୍ଣୟ କରାଯାଏ । ଗାଣିତିକ ସମସ୍ୟାର ସମାଧାନ ପାଇଁ ବର୍ଷବର୍ଷ ଏପରିକି ଶତାବ୍ଦୀ ମଧ୍ୟ ବିତିଯାଏ । ଉନବିଂଶ ଶତାବ୍ଦୀରେ ଗିସେପ୍ପେ ପିନୋ (୧୮୫୮-୧୯୩୨), ଡେଭିଡ୍ ହିଲ୍ବର୍ଟ୍ (୧୮୬୨-୧୯୪୩) ଆଦିଙ୍କ ଉଲ୍ଲେଖନୀୟ କାର୍ଯ୍ୟ ପରେ, ପୂର୍ବପ୍ରମାଣିତ ସୂତ୍ରଦ୍ୱାରା ନୂତନ ସୂତ୍ରପାତ କରିବା ପ୍ରଥା ପ୍ରଚଳିତ ହୋଇଛି । ବାସ୍ତବ ପରିସ୍ଥିତିର ସଠିକ ଗାଣିତିକ ସୂତ୍ର ନିରୂପଣ ହେଲା ପରେ, ଗାଣିତିକ ତର୍କଦ୍ୱାରା ତାହାର ପୂର୍ବାନୁମାନ କରାଯାଇପାରେ ।
ବାମାଚରଣ ମିତ୍ର (୧୭ ଡିସେମ୍ବର ୧୯୧୫ - ୨୧ ଫେବୃଆରୀ ୧୯୭୫) ଜଣେ ଓଡ଼ିଆ ଲେଖକ ଓ ଅନୁବାଦକ । ସେ ଓଡ଼ିଆରେ ନବେରୁ ଅଧିକ କ୍ଷୁଦ୍ରଗଳ୍ପ (ଯହିଁରୁ ୨୪ଟିକୁ ନେଇ "ବାମାଚରଣ ଗଳ୍ପ ସମ୍ଭାର" ନାମରେ ସଂକଳନ ପ୍ରକାଶିତ), ତିନୋଟି ଉପନ୍ୟାସ ଓ ଅନୁବାଦ ସାହିତ୍ୟ ରଚନା କରିଥିଲେ । ୨୦୧୫ ମସିହାରେ ତାଙ୍କର ସମସ୍ତ ରଚନା ଡିଜିଟାଲ ରୂପରେ ସୃଜନିକା ତରଫରୁ ଏକ ସିଡିରେ ପ୍ରକାଶିତ । ତାଙ୍କ ରଚିତ ପ୍ରମୁଖ ଉପନ୍ୟାସମାନ ହେଲେ "କୀର୍ତ୍ତିଶଯ୍ୟ" (ପ୍ରଥମ ରଚିତ ଉପନ୍ୟାସ), "ନରଛଞ୍ଚାଣ" ତଥା ଗଳ୍ପସଂକଳନମାନ ହେଲେ "ସ୍ୱପ୍ନସିଦ୍ଧ", "ବଟ ମହାପୁରୁଷ", "ଅସୀମ" ଓ "ମହାପୁରୁଷ ବାଗ" । ସେ ପ୍ରବନ୍ଧ ସଂକଳନ "ଏଣୁଶ୍ଚ ତେଣୁଶ୍ଚ" ପାଇଁ ୧୯୬୯-୧୯୭୩ରେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନୀତ ହୋଇଥିଲେ । ତାଙ୍କର ଅନେକ ଲେଖା ବଙ୍ଗଳା, ଇଂରାଜୀ ଓ ତେଲୁଗୁ ଭାଷାରେ ଅନୁବାଦ କରାଯାଇଥିବା ବେଳେ 'ପିତା ଓ ପୁତ୍ର' ଗଳ୍ପଟି ସ୍ପାନିଶ ଭାଷାରେ ଅନୁବାଦ ହେଇଛି ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।