ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ବୁଧେଇ ଓଷା ଓଡ଼ିଶାରେ ପାଳିତ ଏକ ଓଷା । ଏହା ଭାଦ୍ରବ ମାସର ୪ଟି କିମ୍ବା ପାଞ୍ଚଟି ବୁଧବାରରେ ପାଳିତ ହୁଏ । କେତେକ ସ୍ଥାନରେ ୫ଟି ବୁଧବାରରେ ପାଳିତ ହୁଏ । ଅନେକ ଗହ୍ମାପୂର୍ଣ୍ଣିମାଠାରୁ ଇନ୍ଦୁପୂର୍ଣ୍ଣିମା ଆଉ କେତେକ ସଂକ୍ରାନ୍ତି ଅନୁଯାୟୀ ଭାଦ୍ର ସଂକ୍ରାନ୍ତିରୁ ଆଶ୍ଵିନ ସଂକ୍ରାନ୍ତିକୁ ହିସାବକୁ ନେଇଥାନ୍ତି । ସାଧାରଣତଃ ସଧବା ନାରୀମାନେସନ୍ତାନ କାମନା କରିବା ଓ ତାର ଶୁଭ ମନାସିବା ଉଦ୍ଦେଶ୍ୟ ନେଇ ଏହି ଓଷା କରିଥାନ୍ତି । ଏହି ଓଷାଟି ନିର୍ଜଳ ଭାବେ ନିଷ୍ଠାର ସହ ପାଳନ କରାଯାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
କର୍କଟ ରୋଗ ଏକ ପ୍ରକାର ଦୃତ ବୃଦ୍ଧି ସମ୍ପନ୍ନ ଅର୍ବୁଦ (ଇଂରାଜୀରେ Malignant tumour) ରୋଗ ଯେଉଁଥିରେ ଜୀବକୋଷମାନଙ୍କର ଅସ୍ଵଭାବିକ ଭାବରେ ଦୃତ ଗତିରେ ବୃଦ୍ଧି ପାଇଥାଏ ଏବଂ କେତେକ କ୍ଷେତ୍ରରେ ଶରୀରର ରୋଗଗ୍ରସ୍ତ ସ୍ଥାନରୁ ପାର୍ଶ୍ଵବର୍ତ୍ତୀ ସ୍ଥାନ ବା ଦୂରବର୍ତ୍ତୀ ସ୍ଥାନକୁ ରୋଗଗ୍ରସ୍ତ କୋଷଗୁଡ଼ିକ ସ୍ଥାନାନ୍ତରିତ ହେବାର ସମ୍ଭାବନା ଥାଏ । ସମସ୍ତ ଅର୍ବୁଦ କର୍କଟ ନୁହେଁ; ମୃଦୁ ଅର୍ବୁଦ (Benign tumour) ରୋଗ ଅଛି ଯାହା ଅନ୍ୟ ସ୍ଥାନକୁ ମାଡ଼ିଯାଏ ନାହିଁ । ପ୍ରଥମରୁ କୌଣସି ଆବୁ ଅନିୟନ୍ତ୍ରିତ ଭାବେ ବୃଦ୍ଧି ହୋଇନଥାଏ କିମ୍ବା ଅନ୍ୟ ପାଖାପାଖି କୋଷମାନଙ୍କୁ ଆକ୍ରାନ୍ତ କରିନଥାଏ । ସମ୍ଭାବ୍ୟ ଲକ୍ଷଣ ଓ ଚିହ୍ନ ମଧ୍ୟରେ ନୂଆ ଆବୁ (Lump), ଅସାଧାରଣ ରକ୍ତସ୍ରାବ, ଲମ୍ବା ସମୟ ଧରି କାଶ, ଅକାରଣ ଓଜନ ହ୍ରାସ ଓ ଖାଦ୍ୟନଳୀ ଚଳନର ପରିବର୍ତ୍ତନ ଦେଖାଯାଏ । ଏହି ସମସ୍ତ ଲକ୍ଷଣ କର୍କଟରେ ଥିଲେ ମଧ୍ୟ ଅନ୍ୟ କାରଣ ଯୋଗୁ ଦେଖାଯାଇପାରେ । ୧୦୦ରୁ ଅଧିକ ପ୍ରକାରର କର୍କଟ ମନୁଷ୍ୟକୁ ଆକ୍ରମଣ କରିପାଏ । କର୍କଟ ରୋଗ ଅନିୟନ୍ତ୍ରିତ ଭାବେ କୋଷ ବୃଦ୍ଧି କରିଥାଏ ଏବଂ ଶରୀରରେ କ୍ଷତିକାରକ ଆବୁ (Tumor) ସୃଷ୍ଟି କରିଥାଏ ।
ସ୍କନ୍ଦ ପୁରାଣ, ପୁରାଣ ମାନଙ୍କରେ ସବୁଠାରୁ ବଡ଼ ପୁରାଣ ଅଟେ । ଏହି ପୁରାଣରେ ୮୮୧୦୦ ଶ୍ଲୋକ ଅଛି । ଏହି ପୁରାଣକୁ ସ୍କନ୍ଦ, ଶିବ ଓ ପାର୍ବତୀଙ୍କ ପୁତ୍ର କାର୍ତ୍ତିକେୟ କହିଥିବାରୁ ଏହାର ନାମ ତାଙ୍କ ଅନୁସାରେ ସ୍କନ୍ଦ ଦିଆଯାଇଥିଲା । ଏହା ସାତଟି ଖଣ୍ଡରେ ବିଭକ୍ତ ଅଟେ - ମହେଶ୍ୱର, ବୈଷ୍ଣବ, ବ୍ରହ୍ମା, କାଶୀ, ଅବନ୍ତି, ନଗର ଓ ପ୍ରଭାସ । କାର୍ତ୍ତିକ ଦେବତାଙ୍କ ସେନାକୁ ନିୟନ୍ତ୍ରଣ କରୁଥିଲେ ଓ ତାଡ଼କାସୁରକୁ ମାରିଥିଲେ । ସଂସ୍କୃତ ପୁରାଣମାନଙ୍କ ମଧ୍ୟରୁ କେବଳ ସ୍କନ୍ଦ ପୁରାଣର ଉତ୍କଳ ଖଣ୍ଡ (ବା ପୁରୁଷୋତ୍ତମ କ୍ଷେତ୍ର ମାହାତ୍ମ୍ୟ)ରେ ପୁରୁଷୋତ୍ତମ କ୍ଷେତ୍ର ମାହାତ୍ମ୍ୟର ବିଷୟବସ୍ତୁ ଓ ମହାପ୍ରଭୁ ଜଗନ୍ନାଥ ଚରିତର ତୁଳନାତ୍ମକ ଭାବରେ ବିସ୍ତୃତ ବର୍ଣ୍ଣନା ରହିଛି । ମହର୍ଷି ବ୍ୟାସଦେବ ସ୍କନ୍ଦ ପୁରାଣର ପ୍ରଣେତା ହେଲେ ହେଁ ଉତ୍କଳ ଖଣ୍ଡର ରଚନା ପରବର୍ତ୍ତୀ କାଳରେ ହୋଇଥିବା ଜଣାଯାଏ । ବିଦ୍ୱାନ ଲେଖକ ତଥା ଗବେଷକମାନଙ୍କ ମତକୁ ବିଚାରକୁ ନେଇ ଏହି ଖଣ୍ଡର ରଚନାକାଳ ୮୦୦ରୁ ୧୩୦୦ ଖ୍ରୀଷ୍ଟାବ୍ଦ ମଧ୍ୟରେ ସ୍ଥିର କରାଯାଇପାରେ ।
ଓଡ଼ିଶା (ନାମ ପରିବର୍ତ୍ତନ) ଅଧିନିୟମ, ୨୦୧୧
ଓଡ଼ିଶା (ନାମ ପରିବର୍ତ୍ତନ) ଅଧିନିୟମ, ୨୦୧୧ ମାଧ୍ୟମରେ ସରକାରୀ ସ୍ତରରେ ଓଡିଶାର ଇଂରେଜୀ ନାମ Orissa ରୁ Odisha କୁ ପରିବର୍ତ୍ତନ କରାଯାଇଛି । ଏହା ଫଳରେ Oriya ମଧ୍ୟ ପରିବର୍ତ୍ତନ ହୋଇ Odia ହୋଇଛି ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ତମ୍ବାଖୁର ସ୍ୱାସ୍ଥ୍ୟ ଉପରେ ପ୍ରଭାବ ଆଲୋଚନାରେ ଏହାର ସ୍ଥିତି, ପ୍ରକ୍ରିୟା ଓ ଅନ୍ୟାନ୍ୟ ବିଷୟ ରହିବ । ପ୍ରାଥମିକ ସ୍ତରରେ ସିଗାରେଟ ତମ୍ବାଖୁ ବା ଟବାକୋ ଉପରେ ଏହାର ଅନୁଶୀଳନ କେନ୍ଦ୍ରୀଭୁତ ହୋଇଛି ଓ ଅନ୍ୟାନ୍ୟ ତମ୍ବାଖୁ ଅପେକ୍ଷା ଏହା ଉପରେ ଏହାର ଅଧିକ ଅନୁଶୀଳନ ହୋଇଛି। ସଂସାରରେ ତମ୍ଵାଖୁ ହେଉଛି ଏକ ମାତ୍ର ସର୍ବାଧିକ ମୃତ୍ୟୁ ନିବାରଣକାରୀ ପଦାର୍ଥ । ହୃତପିଣ୍ଡ, କଲିଜା ଓ ଫୁସଫୁସ ଏହାର ପ୍ରଭାବରେ ଆକ୍ରାନ୍ତ ହୁଅନ୍ତି । ହୃଦଘାତ, ସ୍ଟ୍ରୋକ୍, କ୍ରନିକ୍ ଅବ୍ସ୍ଟ୍ରକ୍ଟିଭ ପଲ୍ମୋନାରି ରୋଗ (ଏମ୍ଫିସେମା, କ୍ରନିକ ବ୍ରୋଙ୍କାଇଟିସ୍), ସ୍ଵର ପେଟିକା ପାଟି ଓ ଅଗ୍ନାଶୟରେ କର୍କଟ ଧୁମ୍ରପାନ ଧୁମ୍ରପାନ ଯୋଗୁ ହୁଏ । ଉଚ୍ଚ ରକ୍ତଚାପ ଓ ରକ୍ତନଳୀ ରୋଗ ମଧ୍ୟ ଏହା ଯୋଗୁ ହୁଏ । କେତେ ସମୟ ଧରି ଓ କେତେ ସଂଖ୍ୟକ ଧୁମ୍ରପାନ ହେଉଛି ତାହା ଉପରେ ଏହାର ପ୍ରଭାବ ନିର୍ଭର କରେ । ଅଳ୍ପ ବୟସରୁ ଆରମ୍ଭ ଓ ସିଗାରେଟରେ ଥିବା ଟାର ଏହି ରୋଗ ସଙ୍କଟ ବଢେଇ ଦିଏ । ଧୁମପାୟୀଙ୍କ ନିକଟରେ ରହି ଧୁଆଁ ପ୍ରଶ୍ଵାସରେ ନେଲେ ମଧ୍ୟ ସବୁ ବୟସ ନିମନ୍ତେ କ୍ଷତି କାରକ ହୁଏ । ଏହାକୁ ସେକଣ୍ଡ ହ୍ୟାଣ୍ଡ ଧୁମ୍ରପାନ କହନ୍ତି । ଅବିକଶିତ ଦେଶମାନଙ୍କରେ ମିଳୁଥିବା ସିଗାରେଟରେ ଟାର ଅଧିକ ଥାଏ ଓ ଏଥିରେ ଫିଲ୍ଟର ନ ଥିବାରୁ ଅଧିକ ସଂଙ୍କଟ ଜନକ ହୁଏ। ଡବ୍ଲ୍ୟୁ,ଏଚ.ଓ. ହିସାବରେ ୨୦୦୪ ମସିହାରେ ୫.୪ ନିୟୁତ ଓ ବିଂଶ ଶତାବ୍ଦିରେ ୧୦୦ ନିୟୁତ ମୃତ୍ୟୁ ହୋଇଥିଲା । ଆମେରିକାର ସେଣ୍ଟର ଫର ଡିଜିଜ କଣ୍ଟ୍ରୋଲ୍ ଆଣ୍ଡ ପ୍ରିଭେନ୍ସନ ଆକଳନ ଅନୁସାରେ ତମ୍ବାଖୁ ହେଉଛି ଏକକ ସ୍ଵାସ୍ଥ୍ୟ ସଙ୍କଟ ପ୍ରତିରୋଧକ ଓ ଅକାଳ ମୃତ୍ୟୁର କାରଣ"। ଅନେକ ଦେଶମାନଙ୍କରେ ଏହାର ବ୍ୟବହାର ଓ ବିକ୍ରି ଉପରେ ଅଙ୍କୁଶ ଓ ସତର୍କ ବାର୍ତ୍ତା ମାଧ୍ୟମରେ ତମ୍ବାଖୁ ବ୍ୟବହାର ରୋକିବାକୁ ଚେଷ୍ଟା କରୁଛନ୍ତି । ଧୁମ୍ରରେ ଥିବା କର୍କଟ ସୃଷ୍ଟିକାରୀ ପାଇରୋଲାଇଟିକ ପଦାର୍ଥ ଶରୀରରେ ଥିବା ଡି.ଏନ.ଏ.
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
'ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ବା କୃଷ୍ଣ ଜନ୍ମାଷ୍ଟମୀ,kṛṣṇa janmāṣṭami), କୃଷ୍ଣାଷ୍ଟମୀ, ସାତମ୍ ଆଠମ୍, ଗୋକୁଳାଷ୍ଟମୀ, ଅଷ୍ଟମୀ ରୋହିଣୀ, ଶ୍ରୀକୃଷ୍ଣ ଜୟନ୍ତୀ, ଶ୍ରୀ ଜୟନ୍ତୀ ବା କେବଳ ଜନ୍ମାଷ୍ଟମୀ ନାମରେ ମଧ୍ୟ ଜଣାଶୁଣା । ବିଷ୍ଣୁଙ୍କର ଅବତାରୀ ପୁରୁଷ ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମଦିନକୁ ହିନ୍ଦୁମାନେ ଜନ୍ମାଷ୍ଟମୀ ରୂପେ ପାଳନ କରିଥାନ୍ତି । ଏହା ହିନ୍ଦୁ ପଞ୍ଜିକା ଅନୁସାରେ ଭାଦ୍ରବ ମାସ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ପାଳନ କରାଯାଏ । ଏଇ ଦିନ ଲଗ୍ନରେ ରୋହିଣୀ ନକ୍ଷତ୍ର ରହିଥାନ୍ତି । ଏହା ଗ୍ରେଗୋରିଆନ (ଇଂରାଜୀ) କ୍ୟାଲେଣ୍ଡରରେ ସର୍ବଦା ଅଗଷ୍ଟ ୧୫ରୁ ସେପ୍ଟେମ୍ବର ୧୫ ଭିତରେ ହିଁ ଆସିଥାଏ । ଉତ୍ତର ଭାରତ ଓ ଦକ୍ଷିଣ ଭାରତରେ ଗଣନା ପଦ୍ଧତିର ବୈଷମ୍ୟ ଯୋଗୁଁ ଏହାର ପାଳନ ଗୋଟିଏ ଦିନ ଆଗପଛ ହୋଇଥାଏ । ଯେପରିକି ୨୦୧୧ ମସିହାରେ ଉତ୍ତର ଭାରତରେ ଏହା ୨୨ ଅଗଷ୍ଟରେ ପାଳନ କରାଯାଇଥିଲେ ମଧ୍ୟ ଦକ୍ଷିଣ ଭାରତରେ (କେରଳାଦି ରାଜ୍ୟରେ) ୨୧ ଅଗଷ୍ଟରେ ପାଳିତ ହୋଇଥିଲା । ଭାଦ୍ର କୃଷ୍ଣାଷ୍ଟମୀ ଅର୍ଦ୍ଧରାତ୍ର ସମୟରେ ଜନ୍ମାଷ୍ଟମୀ ହିନ୍ଦୁ ଜଗତରେ ପାଳିତ ହୋଇଥାଏ । କିନ୍ତୁ ବିଷ୍ଣୁ ପୁରାଣରେ କୃଷ୍ଣଙ୍କର ଜନ୍ମ ଶ୍ରାବଣମାସ କୃଷ୍ଣ ଅଷ୍ଟମୀରେ ହୋଇଥିବାର ଉଲ୍ଲେଖ ରହିଛି । ମୁଖ୍ୟଚାନ୍ଦ୍ରମାସ ଓ ଗୌଣ ଚାନ୍ଦ୍ରମାସ ଗଣନା ଏ ପ୍ରଭେଦର କାରଣ ବୋଲି ଅନୁମେୟ । ଶ୍ରୀକୃଷ୍ଣ ମାନବ ସମାଜକୁ କର୍ମଯୋଗର ଶିକ୍ଷା ଦେଇଛନ୍ତି । ଶ୍ରୀମଦ୍ଭଗବଦଗୀତାରେ କର୍ମ ଅନୁସାରେ ଫଳ ମିଳିବ ବୋଲି ସେ ଉଲ୍ଲେଖ କରିଛନ୍ତି। ତେଣୁ ଜନ୍ମାଷ୍ଟମୀର ପାଳନ ଅବସରରେ ଜଣେ ପ୍ରକୃତ କର୍ମଯୋଗୀ ହେବାପାଇଁ ଶପଥ ନିଆଯାଏ। ଫଳର ଆଶା ନ ରଖି ବିଶ୍ଵର ସେବା କରିବା ହେଉଛି ପ୍ରକୃତ କର୍ମଯୋଗ । ଗୀତାରେ ଶ୍ରୀକୃଷ୍ଣଙ୍କ ପ୍ରଦର୍ଶିତ ପଥ ଅନୁସରଣ କରି ଯେ କେହି ସ୍ଥିତପ୍ରଜ୍ଞ ହୋଇପାରେ । ମହାପୁରୁଷମାନେ ଦେଖାଇଦେଇଥିବା ପଥରେ ଯାଇ ଇତରଲୋକେ ସୁଖ, ଶାନ୍ତି ଓ ସମୃଦ୍ଧିକୁ ସହଜରେ ହାସଲ କରିପାରିବେ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ବଲାଙ୍ଗୀର ଜିଲ୍ଲାର ପାଟଣାଗଡ ଉପଖଣ୍ଡ ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ପର୍ବତର ପାଦଦେଶରେ ଥିବା ହରିଶଙ୍କର ଉଭୟ ଶୈବପୀଠ ଓ ପ୍ରାକୃତିକ ସୌନ୍ଦର୍ଯ୍ୟ ପାଇଁ ପ୍ରସିଦ୍ଧ । ଏହାର ଦୂରତା ସଦର ମହକୁମାରୁ ପ୍ରାୟ ୮୦ କି.ମି ହେବ । ଗନ୍ଧମାର୍ଦ୍ଦନ ପର୍ବତର ଉତ୍ତରାଞ୍ଚଳରେ ବରଗଡ଼ ଜିଲ୍ଲାର ପ୍ରସିଦ୍ଧ ନୃସିଂହନାଥ ମନ୍ଦିର ଥିବାବେଳେ ଦକ୍ଷିଣରେ ରହିଛି ହରିଶଙ୍କର । ଏହି ପୀଠରେ ହରି ଓ ଶଙ୍କର ଏକାଠି ପୂଜା ପାଉଥିବାରୁ ଏହି ପୀଠର ସ୍ଵତନ୍ତ୍ରତା ରହିଛି । ହରିଶଙ୍କର ମନ୍ଦିର ଏବଂ ନୃସିଂହନାଥ ମନ୍ଦିର ମଧ୍ୟରେ ଅବସ୍ଥିତ ମାଳଭୂମିରେ ବୌଦ୍ଧ ଧର୍ମାଲମ୍ବୀଙ୍କଦ୍ୱାରା ନିର୍ମାଣ କରାଯାଇଥିବା ଧ୍ୱସ୍ତବିଧ୍ୱସ୍ତ ଏକ ପ୍ରାଚୀନ ପରିମଳଗିରି ବିଶ୍ୱବିଦ୍ୟାଳୟ ରହିଛି ।
ଚିଲିକା ଓଡ଼ିଶାର ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମ ଜିଲ୍ଲାରେ ବ୍ୟାପିଥିବା ଏକ ଲବଣାକ୍ତ ହ୍ରଦ । ଏହା ଓଡ଼ିଶାର ସବୁଠୁ ବଡ଼ ହ୍ରଦ । ଅଂଶୁପା ଓ ସର ମଧୁରଜଳ ହ୍ରଦ ହୋଇଥିବା ବେଳେ ଚିଲିକା ହେଉଛି ଲବଣାକ୍ତ ଜଳ ( Brackish Water) ହ୍ରଦ। ଏଠାରେ ଥିବା ନଳବଣ ବିଦେଶୀ ପକ୍ଷୀମାନଙ୍କ ଶୀତକାଳୀନ ବାସସ୍ଥାନ । ଚିଲିକାରେ ଶୀତଦିନ ବିତାଇବା ପାଇଁ ଏମାନେ ହଜାର ହଜାର ମାଇଲ ଉଡ଼ି ସୁଦୂର ଉତ୍ତର ଗୋଲାର୍ଦ୍ଧ ଓ ସାଇବେରିଆ ଅଞ୍ଚଳରୁ ଆସନ୍ତି । ଏଠାରେ ଥିବା ପରିକୁଦ ଓ ମାଲୁଦ ଦ୍ଵୀପରେ ଥିବା ମନ୍ଦିର ପର୍ଯ୍ୟଟକମାନଙ୍କ ପାଇଁ ଅନ୍ୟତମ ଆକର୍ଷଣ । ପ୍ରକୃତିର ବିବିଧତା ଏଠାରେ ଫୁଟିକରି ଦେଖାଯାଏ । ବିଭିନ୍ନ ପ୍ରକାରର ପକ୍ଷୀ, ସାମୁଦ୍ରିକ ପ୍ରାଣୀ, ଉଦ୍ଭିଦମାନଙ୍କର ଏହା ଗନ୍ତାଘର ।
ଲୋସାର୍ଟାନ (ଇଂରାଜୀ ଭାଷାରେ Losartan, ଏକ ବିକ୍ରୟ ନାମ କୋଜାର) ଔଷଧ ଉଚ୍ଚ ରକ୍ତଚାପ ଚିକିତ୍ସାରେ ବ୍ୟବହୃତ ହୁଏ । ମଧୁମେହ ବୃକ୍କ ରୋଗ (diabetic kidney disease), ଲେଫ୍ଟ ଭେଣ୍ଟ୍ରିକୁଲାର ଫେଲ୍ୟୁର (left ventricular enlargement) ଓ ହୃଦ୍ପାତ ରୋଗମାନଙ୍କ ଚିକିତ୍ସାରେ ମଧ୍ୟ ଦିଆଯାଏ । ଏହି ଔଷଧ ପାଟିରେ ଦିଆଯାଏ । ଅନ୍ୟାନ୍ୟ ଉଚ୍ଚ ରକ୍ତଚାପ ଔଷଧମାନଙ୍କ (blood pressure medication) ସହିତ ଏହା ଦିଆଯାଇପାରେ । ସମ୍ପୁର୍ଣ୍ଣ ପ୍ରଭାବ ପଡ଼ିବାକୁ ୬ ସପ୍ତାହ ଲାଗିଯାଇପାରେ । ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟାରେ ମାଂସପେଶୀ କ୍ରାମ୍ପ, ବନ୍ଦ ନାକ, କାଶ ଓ ହାଇପରକାଲେମିଆ ହୋଇପାରେ । ସାଂଘାତିକ ପ୍ରତିକ୍ରିୟା ହେଲେ ଆଞ୍ଜିଓଇଡିମା (angioedema), ନିମ୍ନ ରକ୍ତଚାପ (low blood pressure) ଓ ବୃକ୍କ ସମସ୍ୟା (kidney problems) ଦେଖାଯାଇପାରେ । ଗର୍ଭାବସ୍ଥାରେ ଏହି ଔଷଧ ଶିଶୁ ପ୍ରତି ହାନୀକାରକ ହୋଇପାରେ । ସ୍ତନ୍ୟପାନ (breastfeeding) ସମୟରେ ମଧ୍ୟ ଏହା ଦେବାକୁ ମନା କରାଯାଏ । ଏହା ଅଞ୍ଜିଓଟେନସିନ ୨ ରିସେପ୍ଟର ଆଣ୍ଟାଗୋନିଷ୍ଟ (angiotensin II receptor antagonist) ଶ୍ରେଣୀର ଔଷଧ ଓ ଆଞ୍ଜିଓଟେନସିନ ୨କୁ (angiotensin II) ଅବରୋଧ କରି କାର୍ଯ୍ୟକ୍ଷମ ହୁଏ ।ଯୁକ୍ତରାଷ୍ଟ୍ର ଆମେରିକାରେ ସନ ୧୯୯୫ରେ ଡାକ୍ତରୀ ବ୍ୟବହାର ନିମନ୍ତେ ଲୋସାର୍ଟାନ ସ୍ୱୀକୃତି ପ୍ରାପ୍ତ ହେଲା । ଏହାର ନାମ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଅତ୍ୟାବଶ୍ୟକୀୟ ଔଷଧ ଚିଠାରେ (World Health Organization's List of Essential Medicines) ଅଛି ଯାହା ମୌଳିକ ସ୍ୱାସ୍ଥ୍ୟ ସିସ୍ଟମ (health system) ନିମନ୍ତେ ଅତି ମହତ୍ତ୍ୱପୂର୍ଣ୍ଣ । ଏହା ଜେନେରିକ ଔଷଧ ନାମରେ (generic medication) ବିକ୍ରୟ ହୁଏ । ବିକାଶଶୀଳ ଦେଶମାନଙ୍କରେ (developing world) ଏହି ଔଷଧ ବାବଦ ଏକ ମାସରେ ପ୍ରାୟ ୦.୨୮ ରୁ ୩.୪୫ ଆମେରିକୀୟ ଡଲାର ଖର୍ଚ୍ଚ ହୁଏ । ଏହି ଔଷଧ ବାବଦ ଏକ ମାସରେ ଯୁକ୍ତରାଷ୍ଟ୍ର ଆମେରିକାରେ ପ୍ରାୟ ୧.୧୩ ଆମେରିକୀୟ ଡଲାର ଖର୍ଚ୍ଚ ହୁଏ । ଏହାର ଏକ ସଂସ୍କରଣରେ ହାଇଡ୍ରୋକ୍ଲୋରୋଥିଆଜାଇଡ ମିଶ୍ରିତ ଭାବରେ ଏହା ମିଳେ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ଵାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
କିମ୍ବଦନ୍ତୀ ହକି ଖେଳାଳୀ ସ୍ଵର୍ଗତ ମେଜର ଧ୍ୟାନଚାନ୍ଦଙ୍କ ଜନ୍ମଦିବସ ଅଗଷ୍ଟ ୨୯କୁ ଭାରତ ସରକାରଙ୍କ କ୍ରୀଡ଼ା ଓ ଯୁବସେବା ମନ୍ତ୍ରଣାଳୟ ପ୍ରତିବର୍ଷ ଜାତୀୟ କ୍ରୀଡ଼ା ଦିବସ ପାଳନ କରୁଛନ୍ତି ।୧୯୯୫ ମସିହା ଠାରୁ ପ୍ରତ୍ୟେକ ବର୍ଷ ଅଗଷ୍ଟ ୨୯କୁ ଜାତୀୟ କ୍ରୀଡ଼ା ଦିବସ ରୂପେ ପାଳିତ ହେଉଛି । ଏହି ଦିନ ଭାରତର ରାଷ୍ଟ୍ରପତି କ୍ରୀଡ଼ା କ୍ଷେତ୍ରରେ ଉତ୍କର୍ଷତା ନିମନ୍ତେ ଶ୍ରେଷ୍ଠ କ୍ରୀଡ଼ାବିତଙ୍କୁ ବିଭିନ୍ନ ପୁରସ୍କାର ପ୍ରଦାନ କରିଥାନ୍ତି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ଵର ବିଭିନ୍ନ ସ୍ଥାନରୁ ସ୍ଵେଚ୍ଛାସେବକ ମାନଙ୍କ ଅବଦାନଦ୍ଵାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ଵର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ବରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ଵାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ବାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ଵର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ଵବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ଵତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
ଫୁସଫୁସ କର୍କଟ, (ଇଂରାଜୀ ଭାଷାରେ ଲଙ୍ଗସ୍ କ୍ୟାନସର ବା ଲୁଙ୍ଗସ କାର୍ସିନୋମା), ରୋଗ ଏକ ମାଲିଗନାଣ୍ଟ ଅର୍ବୁଦ ଯେଉଁଥିରେ ଫୁସଫୁସ ତନ୍ତୁରେ ଥିବା ଜୀବକୋଷମାନଙ୍କର ସଂଖ୍ୟାର ଅଦମନୀୟ ବୃଦ୍ଧି ଘଟେ । ଚିକିତ୍ସା ନ ହେଲେ ଏହି ବୃଦ୍ଧି ଫୁସଫୁସ ପାର ହୋଇ ନିକଟସ୍ଥ ତନ୍ତୁକୁ ଓ ଏହାର କିଛି ଅଂଶ ଦୂରବର୍ତ୍ତୀ ଅଙ୍ଗମାନଙ୍କୁ ସ୍ଥାନାନ୍ତରିତ ବା ମେଟାସ୍ଟାସିସ (Metastasis) ହୋଇପାରେ । ଫୁସଫୁସରେ ହେଉଥିବା କର୍କଟ ମଧ୍ୟରୁ ଅଧିକାଂଶ ପ୍ରାଥମିକ କର୍କଟ ଶ୍ରେଣୀର ଓ ଏପିଥେଲିଅମ୍ ଜାତୀୟ ଜୀବକୋଷରୁ ବୃଦ୍ଧି ହୁଏ । ମୂଖ୍ୟ ଫୁସଫୁସ କର୍କଟ ଦୁଇ ପ୍ରକାର ଥାଏ: କ୍ଷୁଦ୍ର କୋଷ ଫୁସଫୁସ କର୍କଟ (SCLC) ଓ ଅଣକ୍ଷୁଦ୍ର କୋଷ ଫୁସଫୁସ କର୍କଟ(NSCLC) । କାଶ, ରକ୍ତମିଶା କଫ, ଓଜନ ହ୍ରାସ ଓ କଷ୍ଟଦାୟକ ଶ୍ଵାସ କ୍ରିୟା ଇତ୍ୟାଦି ଲକ୍ଷଣମାନ ଏହି ରୋଗରେ ଦେଖାଯାଏ । ଏହା ବ୍ୟତିତ ଅନ୍ୟ ଅଙ୍ଗର କର୍କଟ କୋଷ ମଧ୍ୟ ରକ୍ତରେ ପ୍ରବାହିତ ହୋଇ ଫୁସଫୁସରେ କର୍କଟ ସୃଷ୍ଟି କରନ୍ତି ।ଏହି ରୋଗର ସବୁଠାରୁ ସାଧାରଣ କାରଣ ହେଲା ଦୀର୍ଘକାଳୀନ ଧୂମ୍ର ପାନ କରିବା ଯାହାଦ୍ଵାରା ୮୫% କର୍କଟ ହୁଏ । ୧୦ରୁ ୧୫ % କର୍କଟ ରୋଗୀ ଜୀବନରେ କେବେ ବି ଧୁମ୍ର ପାନ କରିନଥାଆନ୍ତି । ଏମାନେ ଗୁଣସୂତ୍ର ଅସୁବିଧା, ରାଡନ ଗ୍ୟାସ, ଆଜ୍ବେସ୍ଟସ, ସେକଣ୍ଡ ହ୍ୟାଣ୍ଡ ଧୂମ୍ର ତଥା ବାୟୁ ପ୍ରଦୂଷଣ ଯୋଗୁ ରୋଗ ଭୋଗିବା ବିଶ୍ଵାସ କରାଯାଏ । ଛାତି ଏକ୍ସ-ରେ ଓ ସି.ଟି.ସ୍କାନଦ୍ଵାରା ଏହି ରୋଗ ଜଣାପଡେ । ବ୍ରୋଙ୍କୋସ୍କୋପି ବା ସି.ଟି ଗାଇଡାନ୍ସ ମାଧ୍ୟମରେ ବାୟୋପ୍ସି କରି ଏହି ରୋଗ ନିଧାର୍ଯ୍ୟ ଭାବେ ନିର୍ଣ୍ଣୟ କରାଯାଏ ।ଧୁମ୍ରପାନ ଓ ବାୟୁ ପ୍ରଦୂଷଣ ଏହାର ମୂଖ୍ୟ କାରଣ ହୋଇଥିବାରୁ ଏହାଠାରୁ ଦୂରରେ ରହିଲେ ରୋଗ ପ୍ରତିଷେଧ ହୁଏ । ଏହି ରୋଗର ଚିକିତ୍ସା କର୍କଟର ସ୍ଟେଜ, ଟାଇପ ଓ ରୋଗୀର ସାଧାରଣ ସ୍ଵାସ୍ଥ୍ୟ ଉପରେ ନିର୍ଭର କରେ: ଏହା ଉପରେ ରୋଗର ଚିକିତ୍ସା ଓ ଫଳାଫଳ ନିର୍ଭର କରେ । ଅଧିକାଂଶ ରୋଗ ଆରୋଗ୍ୟସାଧ୍ୟ ନୁହେଁ । ସାଧାରଣ ଚିକିତ୍ସାରେ ଅପରେଶନ, କେମୋଥେରାପି ଓ ରାଡିଏସନ ଥେରାପି ଦିଆଯାଏ । ଅଣକ୍ଷୁଦ୍ର କୋଷ ଫୁସଫୁସ କର୍କଟ(NSCLC) ରୋଗ ବେଳେ ବେଳେ ଅପରେଶନଦ୍ଵାରା କରାଯାଏ ଓ କ୍ଷୁଦ୍ର କୋଷ ଫୁସଫୁସ କର୍କଟ (SCLC) ରୋଗ ଚିକିତ୍ସା କେମୋଥେରାପି ଓ ରେଡିଓଥେରାପିଦ୍ଵାରା କରାଯାଏ ।ସନ ୨୦୧୨୨ରେ ସାରା ପୃଥିବୀରେ ପ୍ରାୟ ୧.୮ ନିୟୁତ ଲୋକଙ୍କୁ ଫୁସଫୁସ କର୍କଟ ହୋଇଥିବା ଫଳରେ ୧.୬ ନିୟୁତ ମୃତ୍ୟୁ ହୋଇଥିଲା । କର୍କଟ ସମ୍ପର୍କୀୟ ମୃତ୍ୟୁରେ ପୁରୁଷଙ୍କ ମଧ୍ୟରେ ଏହା ପ୍ରଥମ ଓ ମହିଳାଙ୍କ ମଧ୍ୟରେ ଏହା ସ୍ତନ କର୍କଟ ପରେ ଦ୍ୱିତୀୟ ସ୍ଥାନ ଅଧିକାର କରିଛି । ରୋଗ ନିର୍ଣ୍ଣିତ ହେବା ବୟସ ପ୍ରାୟ ୭୦ ବର୍ଷ । ଯୁକ୍ତରାଷ୍ଟ୍ର ଆମେରିକାରେ ୧୭.୪% ଫୁସଫୁସ କର୍କଟ ରୋଗୀ ରୋଗ ନିର୍ଣ୍ଣୟ ପରଠାରୁ ପ୍ରାୟ ପାଞ୍ଚ ବର୍ଷ ପର୍ଯ୍ୟନ୍ତ ବଞ୍ଚନ୍ତି, ଯେତେବେଳେ କି ବିକାଶଶୀଳ ଦେଶମାନଙ୍କରେ ଏହାର ଫଳ ଅତି ନିରୁତ୍ସାହ ଜନକ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ଵଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଆଖି ହେଉଛି ମଣିଷ ଓ ଅନ୍ୟ ପଶୁପକ୍ଷୀମାନଙ୍କ ଶରୀରରେ ଥିବା ଏକ ଅଙ୍ଗ । ଏହା ଦେଖିବାରେ ସାହାଯ୍ୟ କରିଥାଏ । ଆଖିର ଆଗ ପରଦା ବା କରନିଆ ଏକେବାରେ କାଚପରି ସଫା । ତା ପଛକୁ ଗୋଟାଏ କୋଠରୀ । ସେଥିରେ ପାଣି ଭଳି ଦ୍ରବ୍ୟ ଭରି ରହିଥାଏ । ତା ପଛକୁ ଗୋଟାଏ ମାଂସପେଶୀର ଗୋଲାକାର ପରଦା - ଆଇରିସ । ସେ ପରଦାର ଠିକ୍ ମଝିରେ ଫାଙ୍କଟାଏ ଥାଏ । ତାକୁ ପିଉପିଲ କୁହାଯାଏ । ଏହି ପିଉପିଲଟି ଠିକ୍ କେମେରାର ସର୍ଟର ଭଳି କାମ କରେ । ବେଶୀ ଆଲୁଅରେ ଛୋଟ ହୋଇଯାଏ ଓ କମ୍ ଆଲୁଅ ହେଲେ ମେଲା ହୋଇଯାଏ ।
ଓଡ଼ିଶାର ସଂସ୍କୃତି ଏବଂ ପରମ୍ପରାର ଏକ ମୁଖ୍ୟ ଅଙ୍ଗ ହେଉଛି ବୟନ ଶିଳ୍ପ । ଏହାର ବାନ୍ଧ କଳା ବିଶ୍ଵ ପ୍ରସିଦ୍ଧ । ସମ୍ବଲପୁରୀ ଶାଢୀ,ବରହମପୁରୀ ପାଟ , ସକତାପର ଶାଢୀ, ଖଣ୍ଡୁଆ ପାଟ, କୋଟପାଡ ବସ୍ତ୍ର ଆଦି କେବଳ ଦେଶରେ ନୁହେଁ ବିଦେଶରେ ମଧ୍ୟ ଜନାଦୃତ । ଆମ ରାଜ୍ୟରେ ବୟନ ଶିଳ୍ପକୁ କେବଳ ବ୍ୟବସାୟିକ ଦୃଷ୍ଟିରେ ଦେଖାଯାଏ ନାହିଁ, ବରଂ ଏହା ଆମ ସଂସୃତିର ଏକ ପରିଭାଷା । ପିଢି ପିଢି ଧରି ଓଡ଼ିଶାର ଅଧିକାଂଶ ଗ୍ରାମ ନିଜ ଅଞ୍ଚଳର ପ୍ରସିଦ୍ଧ ବୟନ କଳାକୁ ପରମ୍ପରା, ବୃତ୍ତି ତଥା ରୋଜଗାର ଭାବରେ କରି ଆସୁଛନ୍ତି ।
ବାଲୁଙ୍କେଶ୍ୱର ମନ୍ଦିର ଓଡ଼ିଶାର ଯାଜପୁର ଜିଲ୍ଲାର ଥିବା କଷବା-ଷାଠିବାଟିରେ ଅବସ୍ଥିତ ଏକ ପୁରାତନ ଶିବ ମନ୍ଦିର । ଏଠାରେ ବାଲୁଙ୍କେଶ୍ୱର ପୂଜା ପାଇଥାନ୍ତି । ଆଗରୁ କଷବା ଓ ଷାଠିବାଟିରେ ବହୁଥିବା ଜୁଣେଇ ନଦୀର ଶୁଖିଲା ଶଯ୍ୟାରେ ଏହି ମନ୍ଦିରଟି ସ୍ଥାପନ ହୋଇଥିଲା । ଏହା ଏକାଦଶ ଶତାବ୍ଦୀରେ ସ୍ଥାପିତ ହୋଇଥିଲା । ଯାଜପୁରର କଇଆଁଗୋଲା ରାସ୍ତାର ମଙ୍ଗଳପୁରଠାରୁ ବଡକୁଆଁଲ ରାସ୍ତାରେ ୧.୫ କି.ମି.ଗଲେ ଥାଲକୁଡ଼ି ପଞ୍ଚାୟତର କଷବା ଏବଂ ପାଲଟପୁର ପଞ୍ଚାୟତର ଷାଠିବାଟିରେ ବାଲୁଙ୍କେଶ୍ୱର ମନ୍ଦିର ରହିଛି ।
ଅରୁଣା ଆସଫ୍ ଅଲ୍ଲୀ (ବଙ୍ଗାଳୀ : অরুণা আসফ আলী) (୧୬ ଜୁଲାଇ ୧୯୦୯-୨୯ ଜୁଲାଇ ୧୯୯୬) ଭାରତୀୟ ସ୍ଵାଧୀନତା ସଂଗ୍ରାମରେ ଉଲ୍ଲେଖନୀୟ ଅବଦାନ ଦେଇଥିବା ଜଣେ ମହିଳା । ସେ ଭାରତୀୟ ରାଜ୍ୟ ପଞ୍ଜାବର କାଲକାଠାରେ ଜନ୍ମ ଗ୍ରହଣ କରିଥିଲେ ଓ ତାଙ୍କର ମୂଳ ନାମ ଅରୁଣା ଗାଙ୍ଗୁଲୀ ଥିଲା । ୧୯୪୨ ମସିହାର ଭାରତ ଛାଡ ଆନ୍ଦୋଳନ ସମୟରେ ବମ୍ବେର ଗୌଆଲିଆ ମଇଦାନରେ ଭାରତୀୟ ଜାତୀୟ ପତାକା ଉତ୍ତୋଳନ କରି ଦେଶ ବ୍ୟାପୀ ଚର୍ଚାରେ ଆସିଥିଲେ । ସ୍ଵାଧୀନତା ପରେ ସେ ରାଜନୀତିରେ ସକ୍ରିୟ ରହିବା ସହ ୧୯୫୮ ମସିହାରେ ଦିଲ୍ଲୀର ପ୍ରଥମ ମେୟର ହେବା ଗୌରବ ଅର୍ଜନ କରିଥିଲେ । ସେ ୧୯୬୦ ମସିହାରେ ସମ୍ବାଦ ପ୍ରକାଶନ ସଂସ୍ଥା ସ୍ଥାପନ କରିଥିଲେ । ୧୯୯୭ ମସିହାରେ ତାଙ୍କୁ ମରଣୋତ୍ତର ଭାବରେ ଭାରତର ସର୍ବୋଚ୍ଚ ନାଗରିକ ସମ୍ମାନ ଭାରତ ରତ୍ନ ପ୍ରଦାନ କରାଯାଇଥିଲା ।
ପଞ୍ଚଲିଙ୍ଗେଶ୍ଵର ଶିବ ମନ୍ଦିର ଓଡ଼ିଶାର ବାଲେଶ୍ଵର ଜିଲାର ନୀଳଗିରି ପାଖରେ ଥିବା ପଞ୍ଚଲିଙ୍ଗେଶ୍ଵରରେ ଅବସ୍ଥିତ । ଏହି ଲିଙ୍ଗଗୁଡ଼ିକର ଦର୍ଶନ କରିବା ପାଇଁ ଜଣକୁ ପାହାଡ଼଼ି ଚଟାଣ ଭିତରେ ବହିଯାଇଥିବା ଝରଣା ପାଣି ଦେଇ ହାତରେ ଛୁଇଁ ଜାଣିବାକୁ ପଡ଼ିବ । ଏଠାରେ ପାହାଡ଼଼ୀ ଝରଣା ଭିତରେ ପାଞ୍ଚୋଟି ଶିବଲିଙ୍ଗ ପୂଜାପାଉଛନ୍ତି ଯାହାଙ୍କ ନାମ ଅନୁସାରେ ଏହି ଜାଗାର ନାମ ପଞ୍ଚଲିଙ୍ଗେଶ୍ଵର ହୋଇଅଛି ।ବାଲେଶ୍ୱର ସମୁଦ୍ର ଉପକୂଳରେ ବଙ୍ଗୋପସାଗରର ବେଳାଭୂମିକୁ ସାମନ୍ତରାଳଭାବରେ କୁପାରୀ ଠାରୁ ନୀଳଗିରି ପର୍ଯ୍ୟନ୍ତ ପୂର୍ବଘାଟ ପର୍ବତମାଳା ଲମ୍ବିଆସିଛି । ୧୦୦୦ ଫୁଟ ଛୋଟ ଛୋଟ ପାହାଡ଼ "ଦେବଗିରି" ପର୍ବତମାଳାର ପଞ୍ଚେଲିଙ୍ଗେଶ୍ୱର ଏକ ଅଂଶ ବିଶେଷ । ଏହି ଶୈବପୀଠର ପାଦଦେଶରେ ଝରଣାଟିଏ ବହିଯାଇଛି । ଏହି ଜଳସ୍ରୋତ ମଧ୍ୟରେ ଅଦୃଶ୍ୟ ପାଞ୍ଚଗୋଟି ଲିଙ୍ଗ ହେଉଛନ୍ତି ପଞ୍ଚେଲିଙ୍ଗେଶ୍ୱର ପୀଠ । ଭକ୍ତମାନେ ଜଳସ୍ରୋତ ମଧ୍ୟରେ ପଞ୍ଚେଲିଙ୍ଗେଶ୍ୱରଙ୍କୁ ଦର୍ଶନ କରି ପୂଜାକରନ୍ତି । ପ୍ରସ୍ତର ଉପରେ ବସି ପୁଜକ ଶିବଲିଙ୍ଗ ପୂଜା କରିଥାନ୍ତି । ରାଜ୍ୟ ପର୍ଯ୍ୟଟନ ତରଫରୁ ଯାତ୍ରୀନିବାସର ଆନୁସାଙ୍ଗିକ ବ୍ୟବସ୍ଥା ମଧ୍ୟ ରହିଛି । ସରସ୍ୱତୀ ପୂଜା ସମୟରେ ପାଞ୍ଚ ଦିନ ବ୍ୟାପୀ ମେଳା ହୁଏ । ବହୁ ଲୋକ ଏଠାକୁ ଆସି ଦେବଦର୍ଶନ କରିଥାନ୍ତି ଓ ମନୋହାରୀ ଜିନିଷ କିଣିଥାନ୍ତି । ଦେବଗିରି ପର୍ବତର ଶିଖର ଦେଶରେ ମଣ୍ଡଳେଶ୍ୱରୀ ଦେବୀସ୍ଥାନ ରହିନ୍ତି । ଏହାଙ୍କୁ ବର୍ଷାଦେବୀ ମଧ୍ୟ କହାଯାଏ । ବର୍ଷା ନହେଲେ ଦେବୀଙ୍କୁ ପୂଜାକଲେ ବର୍ଷା ହୋଇଥାଏ ବୋଲି ଲୋକବିଶ୍ୱାସ ରହିଛି । ଦେବଗିରି ପର୍ବତମାଳା ପରିବେଷ୍ଟିତ ପର୍ବତର ଶୀର୍ଷଦେଶରୁ ମଙ୍ଗଳପୁର ପ୍ରାଚୀନ ପଥ ଓ ଦୁର୍ଗପର୍ଯ୍ୟନ୍ତ ଏକ ସୁଡ଼ଙ୍ଗ ରହିଛି । ଜନଶୃତି ଅଛି ଯେ ପଞ୍ଚଲିଙ୍ଗେଶ୍ୱର ପାହାଡ଼ର ପାଦଦେଶରୁ ଏହି ସୁଡଙ୍ଗ ରହିଛି ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଭାରତର ସ୍ଵାଧୀନତା ଦିବସ ଏକ ଭାରତୀୟ ଜାତୀୟ ଦିବସ ଅଟେ । ୧୯୪୭ ମସିହାରେ ଭାରତ ଫିରିଙ୍ଗି ଶାସନରୁ ମୁକ୍ତ ହୋଇ ସ୍ଵତନ୍ତ୍ର ଗଣରାଜ୍ୟରେ ପରିଣତ ହୋଇଥିଲା । ତେଣୁ ଏହି ଦିନକୁ ମନେପକାଇବା ପାଇଁ ପ୍ରତିବର୍ଷ ପନ୍ଦର ଅଗଷ୍ଟକୁ ଭାରତର ସ୍ୱାଧୀନତା ଦିବସ ଭାବରେ ପାଳନ କରାଯାଇଥାଏ । ଏହା ଭାରତର ଏକ ପ୍ରଧାନ ଜାତୀୟ ଦିବସ । ଦେଶ ସାରା, ଏହି ଦିନ ପତାକା ଉତ୍ତୋଳନ କରଯାଇଥାଏ ଓ ଉତ୍ସବମାନ ଅୟୋଜନ କରାଯାଇଥାଏ । ରାଜଧାନୀ ଦିଲ୍ଲୀରେ ଏହି ଦିନ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କ ନିମନ୍ତେ ଜାତୀୟ ପତାକା ଉତ୍ତୋଳନ କରି ଅଭିଭାଷଣ ଦେଇଥାନ୍ତି ଯାହା ଦେଶସାରା ଟି.ଭି.ରେ ଦେଖାଯାଇଥାଏ । ଏହି ଅଭିଭାଷଣରେ ସେ ଦେଶର ପ୍ରଗତି, ଅସୁବିଧା ଓ ତାହାର ସମାଧାନ ଓ ଆଗକୁ ହେବାକୁ ଥିବା ଉନ୍ନତି ଆଦି ବିଷୟରେ ବଖାଣିଥାନ୍ତି । ଭାରତୀୟ ସ୍ଵାଧୀନତା ସଂଗ୍ରାମ ଓ ସଂଗ୍ରାମୀମାନଙ୍କ ଉପରେ ମଧ୍ୟ ସେ ଅଭିଭାଷଣ ରଖିଥାନ୍ତି ।