ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣାଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URIଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URLଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଗଣେଶ, ଗଣପତି, ବିନାୟକ ବା ତାମିଲରେ ପିଲ୍ଲାଇୟାର ହେଉଛନ୍ତି ସବୁଠାରୁ ଅଧିକ ପୂଜିତ ହିନ୍ଦୁ ଦେବତା । ସେ ମହାଦେବ ଶିବ ଓ ଦେବୀ ପାର୍ବତୀଙ୍କର ସାନ ପୁଅ ଓ କାର୍ତ୍ତିକେୟଙ୍କର ସାନ ଭାଇ । ତାଙ୍କର ବାହନ ମୂଷିକ । ଗଣେଶଙ୍କର ପ୍ରତିକୃତି ଭାରତ ଓ ନେପାଳରେ ସର୍ବତ୍ର ପରିଦୃଷ୍ଟ ହୁଏ। ହିନ୍ଦୁମାନେ ଜାତି, ଭାଷା, ବର୍ଣ ନିର୍ବିଶେଷରେ ଗଣେଶଙ୍କୁ ପୂଜା କରିଥାନ୍ତି। ଏପରିକି ଜୈନ, ବୁଦ୍ଧ ଓ ଅଣଭାରତୀୟମାନେ ମଧ୍ୟ ଗଣେଶଙ୍କ ଉପାସନା କରିଥାନ୍ତି। ଶାସ୍ତ୍ରରେ ୩୨ ପ୍ରକାର ଗଣେଶଙ୍କ ବିଷୟରେ ବର୍ଣ୍ଣନା କରାଯାଇଛି ।ଅନେକ ବିଶେଷତ୍ୱ ମଧ୍ୟରୁ ଗଣେଶ ତାଙ୍କର ହାତୀ ମୁଣ୍ଡ ଯୋଗୁ ସହଜରେ ଚିହ୍ନା ପଡ଼ନ୍ତି । ବିଘ୍ନ ନାଶକ ରୂପେ ସେ ସର୍ବତ୍ର ପୂଜିତ ହୁଅନ୍ତି । କଳା, ବିଜ୍ଞାନର ଓ ବୁଦ୍ଧିମତ୍ତାର ଦେବତା ଓ ସଂରକ୍ଷକ ରୂପେ ସେ ପରିଚିତ । ଆଦି ଦେବତା ହିସାବରେ ପ୍ରତ୍ୟେକ ଶୁଭ କାର୍ଯ୍ୟ, ପୂଜା, ଲେଖାପଢ଼ା ଓ ଧାର୍ମିକ କ୍ରିୟା ଆରମ୍ଭରେ ତାଙ୍କର ଆବାହନ କରାଯାଏ ।
ବଲାଙ୍ଗୀର ଜିଲ୍ଲାର ପାଟଣାଗଡ ଉପଖଣ୍ଡ ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ପର୍ବତର ପାଦଦେଶରେ ଥିବା ହରିଶଙ୍କର ଉଭୟ ଶୈବପୀଠ ଓ ପ୍ରାକୃତିକ ସୌନ୍ଦର୍ଯ୍ୟ ପାଇଁ ପ୍ରସିଦ୍ଧ । ଏହାର ଦୂରତା ସଦର ମହକୁମାରୁ ପ୍ରାୟ ୮୦ କି.ମି ହେବ । ଗନ୍ଧମାର୍ଦ୍ଦନ ପର୍ବତର ଉତ୍ତରାଞ୍ଚଳରେ ବରଗଡ଼ ଜିଲ୍ଲାର ପ୍ରସିଦ୍ଧ ନୃସିଂହନାଥ ମନ୍ଦିର ଥିବାବେଳେ ଦକ୍ଷିଣରେ ରହିଛି ହରିଶଙ୍କର । ଏହି ପୀଠରେ ହରି ଓ ଶଙ୍କର ଏକାଠି ପୂଜା ପାଉଥିବାରୁ ଏହି ପୀଠର ସ୍ଵତନ୍ତ୍ରତା ରହିଛି । ହରିଶଙ୍କର ମନ୍ଦିର ଏବଂ ନୃସିଂହନାଥ ମନ୍ଦିର ମଧ୍ୟରେ ଅବସ୍ଥିତ ମାଳଭୂମିରେ ବୌଦ୍ଧ ଧର୍ମାଲମ୍ବୀଙ୍କଦ୍ୱାରା ନିର୍ମାଣ କରାଯାଇଥିବା ଧ୍ୱସ୍ତବିଧ୍ୱସ୍ତ ଏକ ପ୍ରାଚୀନ ପରିମଳଗିରି ବିଶ୍ୱବିଦ୍ୟାଳୟ ରହିଛି ।
ନେକ୍ରୋଟାଇଜିଙ୍ଗ ଏଣ୍ଟେରୋକୋଲାଇଟିସ
ନେକ୍ରୋଟାଇଜିଙ୍ଗ ଏଣ୍ଟେରୋକୋଲାଇଟିସ (ଇଂରାଜୀ ଭାଷାରେ Necrotizing enterocolitis/ NEC) ଏକ ରୋଗ ଯେଉଁଥିରେ ଅନ୍ତନଳୀର (bowel) ଏକ ଅଂଶର ନେକ୍ରୋସିସ ବା ମୃତ୍ୟୁ ହୋଇଯାଏ । ସାଧାରଣତଃ ସମୟ ପୂର୍ବ ଜନ୍ମିତ (premature) ବା ଅସୁସ୍ଥ ନବଜାତ (newborns) ଶିଶୁର ଏହି ରୋଗ ହୁଏ । ସ୍ୱଳ୍ପ ଖାଇବା, ପେଟଫୁଲା, କମ୍ ସକ୍ରିୟତା, ବାଇଲ (bile) ବାନ୍ତି (vomiting) ଓ ମଳରେ ରକ୍ତ ଇତ୍ୟାଦି ଲକ୍ଷଣ ଦେଖାଯାଏ ।ରୋଗର ସଠିକ କାରଣ ଅଜ୍ଞାତ ଅଛି । ରୋଗର ସଙ୍କଟ ସୃଷ୍ଟି କରୁଥିବା କାରକମାନଙ୍କର ନାମ ସମୟ ପୂର୍ବ ଜନ୍ମ (Preterm birth), ଆଜନ୍ମ ହୃତ୍ପିଣ୍ଡ ରୋଗ (congenital heart disease), ଜନ୍ମ (birth asphyxia), ବିନିମୟ ଟ୍ରାନ୍ସଫ୍ୟୁଜନ (exchange transfusion),
ଝାନସୀର ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ଵାଧୀନତା ସଂଗ୍ରାମର ଜଣେ ନାୟିକା । ସ୍ଵଦେଶ ଓ ସ୍ଵଜାତିକୁ ପରାଧୀନତାର ଶକ୍ତ ବନ୍ଧନରୁ ମୁକ୍ତ କରିବା ପାଇଁ ଯେଉଁ ନାରୀମାନେ ଆଗକୁ ମାଡି ଆସିଥିଲେ ସେମାନଙ୍କ ମଧ୍ୟରେ ଲକ୍ଷ୍ମୀବାଈ ଅଗ୍ରଗଣ୍ୟା। ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗ ଚାଳନା, ଅଶ୍ଵାରୋହଣ, ବିଭିନ୍ନ୍ ପ୍ରକାର ଶାରୀରିକ ବ୍ୟାୟମ,ଦୁର୍ଦ୍ଦାନ୍ତ ହସ୍ତୀ ମାନଙ୍କୁ ଆୟତ କରିବା ଆଦି ପୁରୁଷ ସୁଲଭ କଳାରେ ସେ ପାରଙ୍ଗମ ଥିଲେ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ବିଜୁ ପଟ୍ଟନାୟକ ହିମାଳୟ ପର୍ବତାରୋହଣ ଅଭିଯାନ
ଓଡ଼ିଶାର ରାଜ୍ୟ କ୍ରୀଡ଼ା ଓ ଯୁବସେବା ବିଭାଗ ଏବଂ ଟାଟା ଷ୍ଟିଲ ଆଡଭେଞ୍ଚର ଫାଉଣ୍ଡେସନ ପକ୍ଷରୁ ବିଜୁ ପଟ୍ଟନାୟକଙ୍କ ଜନ୍ମ ଶତବାର୍ଷିକୀ ଅବସରରେ ୨୦୧୬ରେ ଯୁବକ ଯୁବତୀଙ୍କୁ ଦୁଃସାହସିକ କ୍ରୀଡ଼ା ପ୍ରତି ଆକୃଷ୍ଟ କରିବା ଲକ୍ଷ୍ୟରେ ବିଜୁ ପଟ୍ଟନାୟକ ହିମାଳୟ ପର୍ବତାରୋହଣ କାର୍ଯ୍ୟକ୍ରମ ଶୁଭାରମ୍ଭ କରାଯାଇଥିଲା । ଏହାକୁ ଯୁବସମାଜ ମଧ୍ୟରେ ଦୁଃସାହାସୀକତା, ଶୃଙ୍ଖଳା, ଦଳଗତ ମନୋଭାବ ଏବଂ ନେତୃତ୍ୱ ପଣିଆ ଜଗାଇବା ନିମିତ୍ତ ଆରମ୍ଭ କରାଯାଇଥିଲା ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଇସ୍କ ପୁଣିଥରେ, ୨୦୧୮ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟି ଗଣେଶ ପୂଜା ସମୟରେ ମୁକ୍ତିଲାଭ କରିଥିଲା । ତରଙ୍ଗ ସିନେ ପ୍ରଡକ୍ସନ ଓ ରତ୍ନା ବ୍ୟାନର୍ସ ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ । ଦେବୀଦତ୍ତ ମହାନ୍ତି ଓ ସନ୍ତୋଷ ନାରାୟଣ ଦାସ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ଜ୍ୟୋତି ଦାସ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ଅରିନ୍ଦମ ରାୟ ଓ ଏଲିନା ସାମନ୍ତରାୟ । ହରିହର ମହାପାତ୍ର, ପୁଷ୍ପା ପଣ୍ଡା, ଅଜିତ ଦାସ, ସମରେଶ ରାଉତରାୟ, ରବି ମିଶ୍ର, ତ୍ରିଭୁବନ ପଣ୍ଡା, ଅଳକା ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।
ପଞ୍ଚଲିଙ୍ଗେଶ୍ଵର ଶିବ ମନ୍ଦିର ଓଡ଼ିଶାର ବାଲେଶ୍ଵର ଜିଲାର ନୀଳଗିରି ପାଖରେ ଥିବା ପଞ୍ଚଲିଙ୍ଗେଶ୍ଵରରେ ଅବସ୍ଥିତ । ଏହି ଲିଙ୍ଗଗୁଡ଼ିକର ଦର୍ଶନ କରିବା ପାଇଁ ଜଣକୁ ପାହାଡ଼଼ି ଚଟାଣ ଭିତରେ ବହିଯାଇଥିବା ଝରଣା ପାଣି ଦେଇ ହାତରେ ଛୁଇଁ ଜାଣିବାକୁ ପଡ଼ିବ । ଏଠାରେ ପାହାଡ଼଼ୀ ଝରଣା ଭିତରେ ପାଞ୍ଚୋଟି ଶିବଲିଙ୍ଗ ପୂଜାପାଉଛନ୍ତି ଯାହାଙ୍କ ନାମ ଅନୁସାରେ ଏହି ଜାଗାର ନାମ ପଞ୍ଚଲିଙ୍ଗେଶ୍ଵର ହୋଇଅଛି ।ବାଲେଶ୍ୱର ସମୁଦ୍ର ଉପକୂଳରେ ବଙ୍ଗୋପସାଗରର ବେଳାଭୂମିକୁ ସାମନ୍ତରାଳଭାବରେ କୁପାରୀ ଠାରୁ ନୀଳଗିରି ପର୍ଯ୍ୟନ୍ତ ପୂର୍ବଘାଟ ପର୍ବତମାଳା ଲମ୍ବିଆସିଛି । ୧୦୦୦ ଫୁଟ ଛୋଟ ଛୋଟ ପାହାଡ଼ "ଦେବଗିରି" ପର୍ବତମାଳାର ପଞ୍ଚେଲିଙ୍ଗେଶ୍ୱର ଏକ ଅଂଶ ବିଶେଷ । ଏହି ଶୈବପୀଠର ପାଦଦେଶରେ ଝରଣାଟିଏ ବହିଯାଇଛି । ଏହି ଜଳସ୍ରୋତ ମଧ୍ୟରେ ଅଦୃଶ୍ୟ ପାଞ୍ଚଗୋଟି ଲିଙ୍ଗ ହେଉଛନ୍ତି ପଞ୍ଚେଲିଙ୍ଗେଶ୍ୱର ପୀଠ । ଭକ୍ତମାନେ ଜଳସ୍ରୋତ ମଧ୍ୟରେ ପଞ୍ଚେଲିଙ୍ଗେଶ୍ୱରଙ୍କୁ ଦର୍ଶନ କରି ପୂଜାକରନ୍ତି । ପ୍ରସ୍ତର ଉପରେ ବସି ପୁଜକ ଶିବଲିଙ୍ଗ ପୂଜା କରିଥାନ୍ତି । ରାଜ୍ୟ ପର୍ଯ୍ୟଟନ ତରଫରୁ ଯାତ୍ରୀନିବାସର ଆନୁସାଙ୍ଗିକ ବ୍ୟବସ୍ଥା ମଧ୍ୟ ରହିଛି । ସରସ୍ୱତୀ ପୂଜା ସମୟରେ ପାଞ୍ଚ ଦିନ ବ୍ୟାପୀ ମେଳା ହୁଏ । ବହୁ ଲୋକ ଏଠାକୁ ଆସି ଦେବଦର୍ଶନ କରିଥାନ୍ତି ଓ ମନୋହାରୀ ଜିନିଷ କିଣିଥାନ୍ତି । ଦେବଗିରି ପର୍ବତର ଶିଖର ଦେଶରେ ମଣ୍ଡଳେଶ୍ୱରୀ ଦେବୀସ୍ଥାନ ରହିନ୍ତି । ଏହାଙ୍କୁ ବର୍ଷାଦେବୀ ମଧ୍ୟ କହାଯାଏ । ବର୍ଷା ନହେଲେ ଦେବୀଙ୍କୁ ପୂଜାକଲେ ବର୍ଷା ହୋଇଥାଏ ବୋଲି ଲୋକବିଶ୍ୱାସ ରହିଛି । ଦେବଗିରି ପର୍ବତମାଳା ପରିବେଷ୍ଟିତ ପର୍ବତର ଶୀର୍ଷଦେଶରୁ ମଙ୍ଗଳପୁର ପ୍ରାଚୀନ ପଥ ଓ ଦୁର୍ଗପର୍ଯ୍ୟନ୍ତ ଏକ ସୁଡ଼ଙ୍ଗ ରହିଛି । ଜନଶୃତି ଅଛି ଯେ ପଞ୍ଚଲିଙ୍ଗେଶ୍ୱର ପାହାଡ଼ର ପାଦଦେଶରୁ ଏହି ସୁଡଙ୍ଗ ରହିଛି ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ଵବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ଵବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ଉଦୟଗିରି ଓ ଖଣ୍ଡଗିରି ଗୁମ୍ଫା ଅଧା ପ୍ରକୃତିକ ଓ ଅଧା ମଣିଷଦ୍ୱାରା ତିଆରି ଯାହାର ଐତିହାସିକ, ପୁରାତନ ତତ୍ତ୍ଵ ଓ ଧାର୍ମିକ ଗୁରୁତ୍ତ୍ଵ ରହିଛି । ଏହା ଓଡ଼ିଶାର ଭୁବନେଶ୍ଵରଠାରେ ଅବସ୍ଥିତ । ଗୁମ୍ଫାଗୁଡିକ ଦୁଇଟି ପାହାଡ଼ ଉଦୟଗିରି ଓ ଖଣ୍ଡଗିରିରେ ରହିଛି ଯାହା ହାତୀଗୁମ୍ଫାର ଶିଳାଲେଖରେ କୁମାରୀ ପର୍ବତ ନାମରେ ମଧ୍ୟ ଜଣା ଓ ଏହି ଦୁଇ ପାହାଡ଼ ଉଭୟଙ୍କ ଆଡକୁ ମୁଁହାଇ ରାସ୍ତାର ଦୁଇ ପାଖରେ ଅଛନ୍ତି ।ଖଣ୍ଡଗିରିରେ ୧୫ଟି ଗୁମ୍ଫା ଥିବାବେଳେ ଉଦୟଗିରିରେ ୧୮ଟି ଗୁମ୍ଫା ରହିଛି । ହାତୀ ଗୁମ୍ଫା ନିକଟରେ ବାରଭୁଜା ଦେବୀଙ୍କର ଏକ ମନ୍ଦିର ଅଛି।
ଶ୍ରୀନିବାସ ରାମାନୁଜନ FRS ( pronunciation ) (୨୨ ଡିସେମ୍ବର ୧୯୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ ’ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ଵବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ଵବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି lଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଲକ୍ଷ୍ମଣ ନାୟକ (୨୨ ନଭେମ୍ବର ୧୮୯୯ - ୨୯ ମାର୍ଚ୍ଚ ୧୯୪୩) ଓଡ଼ିଶାର ଜଣେ ଅଗ୍ରଣି ସ୍ଵାଧୀନତା ସଂଗ୍ରାମୀ । ଆଦିବାସୀ ପାଇଁ ସେ ମାଲକାନାଗିରିର ଗାନ୍ଧି ଭାବେ ପ୍ରସିଦ୍ଧ ଥିଲେ । ଲକ୍ଷ୍ମଣ ନାୟକ ୧୮୯୯ ମସିହା ନଭେମ୍ବର ୨୨ ତାରିଖରେ କୋରାପୁଟ ଜିଲ୍ଲା (ବର୍ତ୍ତମାନର ମାଲକାନଗିରି ଜିଲ୍ଲା)ର ତେନ୍ତୁଲିଗୁମ୍ମା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଲକ୍ଷ୍ମଣ ଥିଲେ ଦ୍ୱିତୀୟ ସନ୍ତାନ, ବଡଭାଇ ସନିଆ ଓ ସାନଭାଇ ଧନ ଭୁମିୟା । ତାଙ୍କ ପିତା ପଦଲମ ନାୟକ ଜାତିରେ ବୀର ଭୁମିୟା ଓ ଚାଷ ଥିଲା ଜୀବିକା । ଗ୍ରାମବାସୀଙ୍କ ମନୋନୟନ ଅନୁଯାୟୀ ତାଙ୍କୁ କୋରାପୁଟ ରାଜା ତୃତୀୟ ବିକ୍ରମଦେବ (ରାଜଗାଦୀ ୧୮୮୯ରୁ ୧୯୨୦ ) ମୁସ୍ତାଦାର ବା ନାୟକ ପଦର ନିୟୁକ୍ତ କରିଥିଲେ । ଦାୟିତ୍ୱ ଥିଲା ତେନ୍ତୁଲିଗୁମା,ବେଜୁଣୀଗୁଡା,ଲେକିଗୁଡା, ଅଅଁଳାଗୁଡାର ଖଜଣା ଆଦାୟ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ଵବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ଵତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ଵଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଦେବଶିଳ୍ପୀ ବିଶ୍ୱକର୍ମା ସମସ୍ତ ଶିଳ୍ପ ଓ ଶିଳ୍ପୀଙ୍କ କୁଳଦେବତା ।ପୁରାଣମତେ ସେ ଅଷ୍ଟମ ବସୁଦେବତା ପ୍ରଭାସଙ୍କ ଔରସରେ ଯୋଗସିଦ୍ଧାଙ୍କ ଗର୍ଭରୁ ଜନ୍ମଗ୍ରହଣ କରିଥିଲେ । ମତାନ୍ତରେ ପ୍ରଜାପିତା ବ୍ରହ୍ମାଙ୍କ ନାଭି କମଳରୁ ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ଜନ୍ମ । ଚତୁର୍ଭୁଜ ବିଶ୍ଵକର୍ମା, ବାମ ଉପର ହାତରେ ବଟାଳି ଓ ବାମ ତଳ ହାତରେ ମାର୍ତ୍ତୁଲି, ଦକ୍ଷିଣ ଉପର ହାତରେ ଚକ୍ର ଓ ତଳ ହାତରେ ଆଶୀର୍ବାଦ କରୁଥିବାର ଦୃଷ୍ଟିଗୋଚର ହେଇଥାନ୍ତି । ଦିବ୍ୟ ବସ୍ତ୍ର ପରିହିତ ଗଳାରେ ରତ୍ନହାର, ଅନୁପମ ରତ୍ନଅଳଙ୍କାରରେ ବିଭୂଷିତ, କର୍ଣ୍ଣରେ ମକର କୁଣ୍ଡଳ । ସେ ଜ୍ଞାନ ଓ ଅବସ୍ଥାରେ ସମୃଦ୍ଧ ହୋଇଥିଲେ ମଧ୍ୟ କିଶୋର ପରି ପ୍ରତିଭାତ । ଅତ୍ୟନ୍ତ ସୁନ୍ଦର ତେଜସ୍ୱୀ କାମଦେବଙ୍କ ପରି କାନ୍ତିମାନ ଅଟନ୍ତି । ବିଶ୍ୱକର୍ମା ସକଳ ଶିଳ୍ପକଳାର ଜନକ । ବ୍ରହ୍ମାଙ୍କ ନିର୍ଦ୍ଦେଶରେ ବିଶ୍ୱକର୍ମା ସମଗ୍ର ସୃଷ୍ଟି ରଚନା କରିଥିଲେ । ଦେବତାମାନଙ୍କର ସମସ୍ତ ଶସ୍ତ୍ର ବିମାନ ଆଦି ଏହାଙ୍କଦ୍ୱାରା ବିନିର୍ମିତ । ସ୍ୱର୍ଗର ଅମରାବତୀ ହିଁ ତାଙ୍କ ନିର୍ମାଣର ଶ୍ରେଷ୍ଠ ନିଦର୍ଶନ ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ଵାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବି ମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ଵାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।ଜଳ ପୃଥିବୀପୃଷ୍ଟରେ ପ୍ରାକୃତିକ ଭାବେ ମିଳେ । ଜଳ ହେଉଛି ଏକମାତ୍ର ବସ୍ତୁ ଯାହା ସାଧାରଣ ତାପମାତ୍ରାରେ ୩ଟି ଅବସ୍ଥାରେ ରହେ । ଜଳର ୪୦ରୁ ଉର୍ଦ୍ଧ୍ୱ ବିଶେଷ ଜଳ ଘନିଭୂତ ହେଲେ ଏହାର ଆୟତନ ପାଖାପାଖି ୯% ବୃଦ୍ଧି ପାଏ ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ଭୁବନେଶ୍ଵର ଭୁବନେଶ୍ଵର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ଵର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ଵର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ଵାରା ବିଶେଷ ଆଦୃତ ହୋଇଅଛି ।ଭୁବନେଶ୍ବର ନାମଟି ଶିବଙ୍କ ଅନ୍ୟନାମ ତ୍ରିଭୁବନେଶ୍ବର ନାମରୁ ଆସିଅଛି । ଭୁବନେଶ୍ୱର ୩୦୦୦ ବର୍ଷ ଆଗରୁ ମହାମେଘ ବାହନ ଚେଦି ବଂଶଦ୍ଵାରା ଆରମ୍ଭ ହୋଇଥିଲା ଯେଉଁମାନଙ୍କ ରାଜଧାନୀ ବର୍ତ୍ତମାନର ଭୁବନେଶ୍ୱର ପାଖ ଶିଶୁପାଳଗଡ଼ରେ ଥିଲା । ଭୁବନେଶ୍ୱର ତୋଷାଳୀ, କଳିଙ୍ଗ ନଗରୀ, ନଗର କଳିଙ୍ଗ, ଏକାମ୍ର କାନନ, ଏକାମ୍ର କ୍ଷେତ୍ର ଏବଂ ମନ୍ଦିର ମାଳିନୀ ନଗରୀ ନାମରେ ପ୍ରସିଦ୍ଧ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
ମିଳିମିଳା (ଇଂରାଜୀରେ ମିଜିଲ୍ସ ବା ରୁବିଓଲା ବା ରେଡ ମିଜିଲ୍ସ ଯଥାକ୍ରମେ Measles, morbilli, rubeola, or red measles), ଏକ ଅତୀବ ସଂକ୍ରାମକ ରୋଗ ଯାହା ମିଳିମିଳା ଭୁତାଣୁଦ୍ୱାରା ହୁଏ । ପ୍ରାରମ୍ଭିକ ଚିହ୍ନ ଓ ଲକ୍ଷଣ ମଧ୍ୟରେ ଜ୍ୱର (ଅଧିକାଂଶ ସମୟରେ ୪୦୦ସେ.ରୁ ଅଧିକ), କାଶ, ନାକରୁ ପାଣି ବୋହିବା ଓ ଆଖି ଲାଲ ଦେଖାଯାଏ । ଏହି ଲକ୍ଷଣ ସମୂହ ଆରମ୍ଭ ହେବାର ୨ ଦିନ ପରେ ପାଟିର ଭିତର ପାଖରେ ଧଳା ଦାଗ ଦେଖାଯାଏ ଯାହାକୁ କପଲିକ ଦାଗ/Koplik's spots କୁହାଯାଏ । ସାଧାରଣତଃ ଗୋଟିଏ ଚେପଟା ଲାଲ ଦାଗ (ରାସ) ମୁହଁରେ ଆରମ୍ଭ ହୁଏ ଓ ୩ରୁ ୫ ଦିନ ମଧ୍ୟରେ ସାରା ଦେହକୁ ମାଡ଼ିଯାଏ । ଗୋଟିଏ ରୋଗୀ ସଂସ୍ପର୍ଶରେ ଆସିବାର ୧୦ରୁ ୧୨ ଦିନ ପରେ ଲକ୍ଷଣ ଦେଖାଯାଏ ଓ ୭ରୁ ୧୦ ପର୍ଯ୍ୟନ୍ତ ରହେ । ପ୍ରାୟ ୩୦ % କେଶ ଜଟିଳ ହୁଏ ଓ ତରଳ ଝାଡ଼ା, ଅନ୍ଧତ୍ୱ, ମସ୍ତିଷ୍କ ପ୍ରଦାହ ଓ ନିମୋନିଆ ଆଦି ହୁଏ । ରୁବେଲା ବା ଜର୍ମାନ ମିଳିମିଳା (German measles) ଓ ରୋଜିଓଲା (Roseola) ଦୁଇଟି ଭିନ୍ନ ରୋଗ । ମିଳିମିଳା ଏକ ବାୟୁବାହିତ ରୋଗ ଯାହା ରୋଗୀର କାଶ ଓ ଛିଙ୍କଦ୍ୱାରା ବ୍ୟାପେ । ଲାଳ ଓ ନାକରୁ ବାହାରୁଥିବା ତରଳ ପଦାର୍ଥ ସଂସ୍ପର୍ଶରେ ଆସିଲେ ଏହି ରୋଗ ମଧ୍ୟ ବ୍ୟାପେ । ଏହି ରୋଗ ପ୍ରତି ଇମ୍ମ୍ୟୁନିଟି ନ ଥିବା ପ୍ରତି ୧୦ ଜଣରେ ୯ ଜଣ ଲୋକ ଏହି ରୋଗରେ ଆକ୍ରାନ୍ତ ହୁଅନ୍ତି । ରାସ ବା ଚର୍ମ ଲକ୍ଷଣ ପ୍ରକାଶ ପାଇବାର ୪ ଦିନ ପୂର୍ବରୁ ଓ ୪ ଦିନ ପର ପର୍ଯ୍ୟନ୍ତ ରୋଗୀ ସଂକ୍ରମଣକ୍ଷମ ରହେ । ଲୋକମାନେ ସାଧାରଣତଃ ଥରେ ଏହି ରୋଗ ଭୋଗନ୍ତି । ଜନ ସ୍ୱାସ୍ଥ୍ୟ ପ୍ରଚେଷ୍ଟାରେ କୌଣସି ରୋଗୀକୁ ମିଳିମିଳା ସନ୍ଦେହ କଲେ ତାହାର ଭୁତାଣୁ ପରୀକ୍ଷା କରାଯାଏ । ମିଳିମିଳା ପ୍ରତିଷେଧ ନିମନ୍ତେ ମିଳିମିଳା ଟିକା ଅତି ଫଳପ୍ରଦ । ଟିକାକରଣଦ୍ୱାରା ସନ ୨୦୦୦ରୁ ୨୦୧୩ ମଧ୍ୟରେ ମିଳିମିଳା ଜନିତ ମୃତ୍ୟୁ ହାର ୭୫ % କମିଛି ଓ ସାରା ପୃଥିବୀରେ ୮୫ % ପିଲାଙ୍କୁ ଟିକା ଦିଆହୋଇଛି । ଏହି ରୋଗ ନିମନ୍ତେ କୌଣସି ନିର୍ଦ୍ଦିଷ୍ଟ ଚିକିତ୍ସା ନାହିଁ । ସାହାଯ୍ୟକାରୀ ଯତ୍ନ କଲେ ଫଳାଫଳ ଉନ୍ନତ ହୁଏ । ପାଟି ଜଳଯୋଜନ ନିମନ୍ତେ ସାମାନ୍ୟ ମିଠା ଓ ଲୁଣିଆ ତରଳ ପଦାର୍ଥ ଓ ସ୍ୱାସ୍ଥ୍ୟପ୍ରଦ ଖାଦ୍ୟ ଦିଆଯାଏ, ଜ୍ୱର ନିୟନ୍ତ୍ରଣ ନିମନ୍ତେ ଔଷଧ ଦିଆଯାଏ । ନିମୋନିଆ ଭଳି ସଂକ୍ରମଣ ଥିଲେ ଆଣ୍ଟିବାୟୋଟିକ ଦିଆଯାଇପାରେ । ବିକାଶଶୀଳ ଦେଶରେ ଭିଟାମିନ ଏ ଦିଆଯାଏ । ଏହି ରୋଗ ବାର୍ଷିକ ୨୦ ନିୟୁତ ଲୋକଙ୍କୁ ଆକ୍ରମଣ କରେ, ଅଧିକ ଭାବେ ଆଫ୍ରିକା ଓ ଏସିଆ ମହାଦେଶରେ । ଟିକା ପ୍ରତିଷେଧକ ଥିବା ରୋଗ ଭିତରେ ସର୍ବାଧିକ ମୃତ୍ୟୁ ଏହି ରୋଗ ଯୋଗୁ ହୁଏ । ସନ ୧୯୯୦ରେ ୫୪୫,୦୦୦ ମୃତ୍ୟୁ ଏହି ରୋଗ ଯୋଗୁ ହୋଇଥିବା ବେଳେ ସନ ୨୦୧୩ରେ ୮୬,୦୦୦ ମୃତ୍ୟୁ ହୋଇଥିଲା । ସନ ୧୯୮୦ରେ ବାର୍ଷିକ ୨.୬ ନିୟୁତ ମୃତ୍ୟୁ ହେଉଥିଲା । ଅଧିକାଂଶ ସଂକ୍ରମିତ ଓ ମୃତ ରୋଗୀ ୫ ବର୍ଷ ବୟସରୁ କମ । ସଂକ୍ରମିତ ଲୋକଙ୍କ ମଧ୍ୟରୁ ୦.୨ % ଲୋକଙ୍କ ମୃତ୍ୟ ସଙ୍କଟ ଥାଏ, କିନ୍ତୁ କୁପୋଷଣ ଥିଲେ ୧୦ % ଲୋକଙ୍କର ମୃତ୍ୟୁ ସଙ୍କଟ ଥାଏ । ଅନ୍ୟ ପଶୁମାନଙ୍କୁ ଏହି ରୋଗ ହେବା ବିଶ୍ୱାସ କରାଯାଏ ନାହିଁ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ଵର ବିଭିନ୍ନ ସ୍ଥାନରୁ ସ୍ଵେଚ୍ଛାସେବକ ମାନଙ୍କ ଅବଦାନଦ୍ଵାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ଵର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ବରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ଵାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ବାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ଵର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ବାଇପୋଲାର ଡିଜଅଡର ବା ବାଇପୋଲାର ଆଫେକ୍ଟିଭ ଡିଜଅଡର (ଇଂରାଜୀରେ ଯଥାକ୍ରମେ Bipolar disorder, bipolar affective disorder ଓ ଅତୀତରେ ଏହାର ନାମ ମାନିକ ଡିପ୍ରେସିଭ ଅସୁସ୍ଥତା ଇଂରାଜୀରେ manic-depressive illness), ଏକ ମାନସିକ ରୋଗ ଯେଉଁଥିରେ ସାମୟିକ ଉଚ୍ଚ ପ୍ରସନ୍ନତା (elevated mood) ଓ ତୀବ୍ର ଅବସାଦ (periods of depression) ଦେଖାଯାଏ । ଉଚ୍ଚ ପ୍ରସନ୍ନତାକୁ ଗମ୍ଭୀରତା ଅନୁଯାୟୀ ବା ସାଇକୋସିସ ଥିଲେ ମାନିଆ ବା ହାଇପୋମାନିଆ ନାମ ଦିଆଯାଏ । ମାନିଆ ଥିଲେ ରୋଗୀ ଅହେତୁକ ସୁଖୀ, ଶକ୍ତିଶାଳୀ ବା ଚିଡ଼ଚିଡ଼ା ଅନୁଭବ କରେ । ସମସ୍ୟାର ଫଳାଫଳକୁ ବିଚାରକୁ ନ ନେଇ ସେମାନେ ସିଦ୍ଧାନ୍ତ ନିଅନ୍ତି । ଶୟନ ଆବଶ୍ୟକତା କମିଯାଏ । ଅବସାଦ ସମୟରେ ଅଯଥା କ୍ରନ୍ଦନ, ଆଖିରେ ଆଖି ମିଶେଇବା ଅକ୍ଷମତା ଓ ଜୀବନ ପ୍ରତି ବିଯୁକ୍ତାତ୍ମକ ଦୃଷ୍ଟିକୋଣ ଅନୁଭବ ହୁଏ । ନିଜର କ୍ଷତି (self harm) ୩୦ରୁ ୪୦% ଲୋକ କରନ୍ତି ଓ ଆତ୍ମହତ୍ୟା ପ୍ରବଣ ୨0 ବର୍ଷ ମଧ୍ୟରେ ୬ % ରୋଗୀ କରନ୍ତି । ଅନ୍ୟ ମାନସିକ ଅବସ୍ଥା ଓ ନିଶା ଅପବ୍ୟବହାର ଏହା ସହ ସଂଯୁକ୍ତ ଥାଏ । ଏହି ରୋଗର କାରଣ ଏବେ ବି ଅସ୍ପଷ୍ଟ, ଜେନେଟିକ ଓ ପରିବେଶ ପ୍ରଭାବ ଯୋଗୁ ହୋଇପାରେ । ଅନେକ ସ୍ୱଳ୍ପ ପ୍ରଭାବ ସମ୍ପର୍ଣ୍ଣ ଜିନମାନଙ୍କର ଏହି ରୋଗ ହେବାରେ ଭୂମିକା ଥାଏ । ପରିବେଶ ଉପାଦାନ ମଧ୍ୟରେ ମାନସିକ ଚାପ ଓ ଶୈଶବ ଅବହେଳା (childhood abuse) ମୁଖ୍ୟ କାରଣ ଥାଏ । ଯଦି ରୋଗୀର ଅତି କମ୍ରେ ଗୋଟିଏ ଥର ମାନିକ ଘଟଣା ଥାଏ ତା'ହେଲେ ବାଇପୋଲାର ୧ ଡିଜଅଡର ଓ ଯଦି ଅତି କମ୍ରେ ଗୋଟିଏ ହାଇପୋମାନିକ ଘଟଣା ସହ ଘୋଟିଏ ବଡ଼ ଅବସାଦ ଘଟଣା ଥାଏ ତା'ହେଲେ ବାଇପୋଲାର ୨ ଡିଜଅଡର କୁହାଯାଏ । ସ୍ୱଳ୍ପ ଲକ୍ଷଣ ସମ୍ପର୍ଣ୍ଣ ଦୀର୍ଘକାଳୀନ ରୋଗ ଥିଲେ ସାଇକ୍ଲୋଥାଇମିକ ଡିଜଅଡର କୁହାଯାଏ । ନିଶା ଓ ଅନ୍ୟ ଡାକ୍ତରୀ କାରଣଯୋଗୁ ହେଲେ ଏହାର ବର୍ଗୀକରଣ ଅନ୍ୟ ଭାବରେ ହୁଏ । ସମ ସମସ୍ୟା ସମ୍ପର୍ଣ୍ଣ ଅନ୍ୟ ରୋଗମାନଙ୍କ ନାମ: ନିଶା ଅପବ୍ୟବହାର, ବ୍ୟକ୍ତିତ୍ୱ ଡିଜଅଡର, ଅନୁଧ୍ୟାନ ଅଭାବ ଡିଜଅଡର ଓ ସିଜୋଫ୍ରେନିଆ ତଥା ଅନେକ ଡାକ୍ତରୀ ରୋଗ । ସାଧାରଣତଃ ଏହି ରୋଗୀମାନଙ୍କର ମନସ୍ତତ୍ତ୍ୱ ଚିକିତ୍ସା ଓ ମତି ସଂସ୍ଥାପନା ଔଷଧ କିମ୍ବା ମନୋବିକାର ଚିକିତ୍ସା କରାଯାଏ । ଲିଥିଅମ ଓ ଆଣ୍ଟିକନଭଲ୍ସାଣ୍ଟ ଔଷଧ ମତି ସଂସ୍ଥାପନା ନିମନ୍ତେ ଦିଆଯାଏ । ରୋଗୀର ଅନିଚ୍ଛା ସତ୍ୱେ ଡାକ୍ତରଖାନା ଚିକିତ୍ସା ଦରକାର ହୋଇପାରେ ଯେତେବେଳେ କି ରୋଗୀର ନିଜ ଓ ଅନ୍ୟପ୍ରତି ସଙ୍କଟ ଥାଏ ତଥାପି ଚିକିତ୍ସା କରିବାକୁ ଇଚ୍ଛା କରେନି । ଅତିଶୟ ବ୍ୟବହାରିକ ଅସୁବିଧା ଥିଲେ ସ୍ୱଳ୍ପକାଳୀନ ବେଞ୍ଜୋଡାଏଜେପିନ ବା ଆଣ୍ଟିସାଇକୋଟିକ ଦିଆଯାଏ । ମାନିଆ ସମୟରେ ଆଣ୍ଟିଡିପ୍ରେସାଣ୍ଟ ଦେବା ବନ୍ଦ କରିଦିଆଯାଏ । ଅବସାଦ ସମୟରେ ଯଦି ଆଣ୍ଟିଡିପ୍ରେସାଣ୍ଟ ଦିଆଯାଏ ତେବେ ଏହା ସହ ମୁଡସ୍ଟାବିଲାଇଜର ଦିଆଯାଏ । ଅନ୍ୟ ଚିକିତ୍ସା କିଛି କାମ ନ କଲେ ଇଲେକ୍ଟ୍ରୋକନଭଲ୍ସିଓଥେରାପି (Electroconvulsive therapy) ଉପକାରରେ ଆସେ । ଔଷଧ ବନ୍ଦ କରିବାକୁ ହେଲେ ହଠାତ୍ ବନ୍ଦ ବ କରି ଧୀରେ ବନ୍ଦ କରାଯାଏ । ଅଧିକାଂଶ ଲୋକଙ୍କର ସାମାଜିକ, ଆର୍ଥିକ କିମ୍ବା କର୍ମ ବୈଷୟିକ ଅସୁବିଧା ଏହି ରୋଗ ଯୋଗୁ ଥାଏ । ହାରାହାରି ୧/୩ରୁ ୧/୪ ସମୟରେ ଏହି ଅସୁବିଧା ହୁଏ । ସାଧାରଣ ଲୋକମାନଙ୍କର ମୃତ୍ୟୁ ସଙ୍କଟ ଅପେକ୍ଷା ଏହି ରୋଗୀଙ୍କର ୨ଗୁଣ ଅଧିକ ସଙ୍କଟ ଥାଏ । ଏହା ଦରିଦ୍ର ଜୀବନଚର୍ଯ୍ୟା ଓ ଔଷଧମାନଙ୍କର ପ୍ରତିକ୍ରିୟା ଯୋଗୁ ହୁଏ । ଆମେରିକାରେ ୩ % ଲୋକଙ୍କର ଜୀବନର ଯେ କୌଣସି ସମୟରେ ବାଇପୋଲାର ରୋଗ ହୁଏ । ଅନ୍ୟ ଦେଶମାନଙ୍କରେ ଏହି ହାର ୧% ଥାଏ । ସାଧାରଣତଃ ୨୫ ବର୍ଷ ବୟସରେ ଏହି ରୋଗ ଆରମ୍ଭ ହୁଏ । ପୁରୁଷ ଓ ମହିଳାମାନଙ୍କର ସମାନ ହାର ଥାଏ । ଆମେରିକାରେ ୧୯୯୧ ବର୍ଷରେ ଏହି ରୋଗର ଆର୍ଥିକ କ୍ଷତି ପ୍ରାୟ ୪୫ ବିଲିଅନ ଡଲାର । ବାର୍ଷିକ ୫୦ କର୍ମଦିବସରେ ଅନୁପସ୍ଥିତି ଏହି ରୋଗ ସହ ସମ୍ପର୍କ ଥିବା ଜଣାଯାଏ । People with bipolar disorder often face problems with social stigma.
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ଵର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ବାଲୁଙ୍କେଶ୍ୱର ମନ୍ଦିର ଓଡ଼ିଶାର ଯାଜପୁର ଜିଲ୍ଲାର ଥିବା କଷବା-ଷାଠିବାଟିରେ ଅବସ୍ଥିତ ଏକ ପୁରାତନ ଶିବ ମନ୍ଦିର । ଏଠାରେ ବାଲୁଙ୍କେଶ୍ୱର ପୂଜା ପାଇଥାନ୍ତି । ଆଗରୁ କଷବା ଓ ଷାଠିବାଟିରେ ବହୁଥିବା ଜୁଣେଇ ନଦୀର ଶୁଖିଲା ଶଯ୍ୟାରେ ଏହି ମନ୍ଦିରଟି ସ୍ଥାପନ ହୋଇଥିଲା । ଏହା ଏକାଦଶ ଶତାବ୍ଦୀରେ ସ୍ଥାପିତ ହୋଇଥିଲା । ଯାଜପୁରର କଇଆଁଗୋଲା ରାସ୍ତାର ମଙ୍ଗଳପୁରଠାରୁ ବଡକୁଆଁଲ ରାସ୍ତାରେ ୧.୫ କି.ମି.ଗଲେ ଥାଲକୁଡ଼ି ପଞ୍ଚାୟତର କଷବା ଏବଂ ପାଲଟପୁର ପଞ୍ଚାୟତର ଷାଠିବାଟିରେ ବାଲୁଙ୍କେଶ୍ୱର ମନ୍ଦିର ରହିଛି ।
କ୍ଲାଉଡ଼ ଟେକ୍ନୋଲୋଜି ଏକ ଇଣ୍ଟରନେଟଦ୍ଵାରା ପ୍ରଚଳିତ ଟେକ୍ନୋଲୋଜି । ଏହାକୁ ଅନ୍ ଡିମାଣ୍ଡ କମ୍ପ୍ୟୁଟିଙ୍ଗ ମଧ୍ୟ କୁହାଯାଏ । ଏଠାରେ ଡାଟା ଓ ରିସୋରସ୍ ଗୁଡିକ ଏକ ଗ୍ରୁପ୍ ମଧ୍ୟରେ ଯୋଡି ହୋଇଥିବା କମ୍ପୁଟର ସହିତ ବଣ୍ଟନ କରାଯାଇଥାଏ । ଏକ ଗ୍ରୁପ୍ରେ ଯୋଡିହୋଇରହିଥିବା କମ୍ପୁଟର ମାନଙ୍କୁ ଏକ ସମୂହକୁ ଏହି ଡାଟା ଏବଂ ରିସୋରସ୍ ସବୁ ଦେଖିପାରିବେ । କ୍ଲାଉଡ୍ କମ୍ପୁଟିଂଗ୍ ଓ ଷ୍ଟୋରେଜ୍ ସଲୟୁସନ୍ କ୍ଲାଉଡ୍ ଟେକ୍ନୋଲଜି ବ୍ୟବହାରକାରିଙ୍କୁ ଓ ସଂସ୍ଥା ମାନଙ୍କୁ ଷ୍ଟୋରେଜ୍ ପାଇଁ ଜାଗା ପ୍ରଦାନ କରେ ଓ ଥାର୍ଡ ପାର୍ଟି ଡାଟା ସେଣ୍ଟର୍ଦ୍ଵାରା ତାଙ୍କର ଷ୍ଟୋର କରିଥିବା ଡାଟାକୁ ପ୍ରକ୍ରିୟା କରିବାର କ୍ଷମତା ଦିଏ । କ୍ଲାଉଡ୍ ଟେକ୍ନୋଲାଜି ନେଟୱର୍କିଂ ପାଇଁ ଏକ ଆଦର୍ଶ । ଏହା ସର୍ବବ୍ୟପୀ, ସୁବିଧାଜନକ, ଓ ଅନ୍-ଡିମାଣ୍ଡରେ (ଆବଶ୍ୟକତା ଅନୁସାରେ) ଏକ ନେଟୱର୍କ୍-କମ୍ପୁଟର ରିସୋର୍ସକୁ ନିଜର କ୍ଲାଉଡ୍ର ରିସୋର୍ସ୍ ବ୍ୟବହାର କରିବାର ଅନୁମତି ଓ ସୁବିଧା ମଧ୍ୟ ପ୍ରଦାନ କରିଥାଏ । ବଦଳ କରିହେଉଥିବା କମ୍ପ ରେସୋର୍ସ୍ ନେଟ୍ଵର୍କ, ସର୍ଭର, ଷ୍ଟୋରେଜ, ଆପ୍ଲିକେସନ୍ ଓ ସର୍ଭିସ୍ର ଏକ ସମୁହ । ଏହାକୁ ଅତି ଶୀଘ୍ର ଭାବରେ ଅଳ୍ପ ଖର୍ଚରେ ମ୍ୟନେଜ୍ କରିହୁଏ । ପ୍ରସ୍ତାବକ ଏହା ଦାବୀ କରନ୍ତି ଯେ କ୍ଲାଉଡ କମ୍ପ୍ୟୁଟିଙ୍ଗ୍ ବଡ ବଡ ଅନୁଷ୍ଠାନ ମାନଙ୍କୁ ନିଜର ପରିକଳ୍ପନା ଉପରେ ନିଜର ଧ୍ୟାନ କନ୍ଦ୍ରିତ କରି ଇନ୍ଫାଷ୍ଟ୍ରକ୍ଚର ଖର୍ଚ କମ କରିବାରେ ସାହଜ୍ୟ କରିଥାଏ । ଏହି ଅନୁଷ୍ଠାନ ଗୁଡିକ ଏହା ମଧ୍ୟ ଦାବି କରନ୍ତି ଯେ ଉଦ୍ୟୋଗ କର୍ମୀ ମାନଙ୍କ ପାଇଁ ତାଙ୍କର ଆପ୍ଲିକେସନକୁ ଦ୍ରୁତ ଗତିରେ ଚଳାଇବା ପାଇଁ ଓ ଅଧିକ ସୁବିଧାରେ ଓ କମ୍ ଭରଣପୋଷଣ କରି ଚଳାଇରଖିବାକୁ କ୍ଲାଉଡ ଟେକ୍ନୋଲଜି ସୁବିଧା ପ୍ରଦାନ କରେ । ଆଇ.ଟିର ଦ୍ରୁତଗତିରେ ବୃଦ୍ଧି ହେଉଥିବା ବେଳେ ବ୍ୟବସାୟ ଡିମାଣ୍ଡ ଓ ବୃଦ୍ଧି-ହ୍ରାସକୁ ସଠିକ୍ ଭାବରେ ବ୍ୟବସ୍ଥିତ କରିବା ପାଇଁ ମଧ୍ୟ କ୍ଲାଉଡ୍ ଟେକ୍ନୋଲଜି ସହଜୋଗ କରିଥାଏ ।