ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଝାନସୀର ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ଵାଧୀନତା ସଂଗ୍ରାମର ଜଣେ ନାୟିକା । ସ୍ଵଦେଶ ଓ ସ୍ଵଜାତିକୁ ପରାଧୀନତାର ଶକ୍ତ ବନ୍ଧନରୁ ମୁକ୍ତ କରିବା ପାଇଁ ଯେଉଁ ନାରୀମାନେ ଆଗକୁ ମାଡି ଆସିଥିଲେ ସେମାନଙ୍କ ମଧ୍ୟରେ ଲକ୍ଷ୍ମୀବାଈ ଅଗ୍ରଗଣ୍ୟା। ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗ ଚାଳନା, ଅଶ୍ଵାରୋହଣ, ବିଭିନ୍ନ୍ ପ୍ରକାର ଶାରୀରିକ ବ୍ୟାୟମ,ଦୁର୍ଦ୍ଦାନ୍ତ ହସ୍ତୀ ମାନଙ୍କୁ ଆୟତ କରିବା ଆଦି ପୁରୁଷ ସୁଲଭ କଳାରେ ସେ ପାରଙ୍ଗମ ଥିଲେ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ଵାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ବାମାପଦ ତ୍ରିପାଠୀ ଏବେ ସମାଜର ସମ୍ପାଦକ ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ବୁଧେଇ ଓଷା ଓଡ଼ିଶାରେ ପାଳିତ ଏକ ଓଷା । ଏହା ଭାଦ୍ରବ ମାସର ୪ଟି କିମ୍ବା ପାଞ୍ଚଟି ବୁଧବାରରେ ପାଳିତ ହୁଏ । କେତେକ ସ୍ଥାନରେ ୫ଟି ବୁଧବାରରେ ପାଳିତ ହୁଏ । ଅନେକ ଗହ୍ମାପୂର୍ଣ୍ଣିମାଠାରୁ ଇନ୍ଦୁପୂର୍ଣ୍ଣିମା ଆଉ କେତେକ ସଂକ୍ରାନ୍ତି ଅନୁଯାୟୀ ଭାଦ୍ର ସଂକ୍ରାନ୍ତିରୁ ଆଶ୍ଵିନ ସଂକ୍ରାନ୍ତିକୁ ହିସାବକୁ ନେଇଥାନ୍ତି । ସାଧାରଣତଃ ସଧବା ନାରୀମାନେସନ୍ତାନ କାମନା କରିବା ଓ ତାର ଶୁଭ ମନାସିବା ଉଦ୍ଦେଶ୍ୟ ନେଇ ଏହି ଓଷା କରିଥାନ୍ତି । ଏହି ଓଷାଟି ନିର୍ଜଳ ଭାବେ ନିଷ୍ଠାର ସହ ପାଳନ କରାଯାଏ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ଵ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ଵାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ଗୋଟିଏ ସ୍ଵାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ଵାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ଵ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଦୁର୍ଗା ପୂଜା ହିନ୍ଦୁଧର୍ମାବଲମ୍ବୀମାନଙ୍କର ତଥା ଓଡ଼ିଶାର ଏକ ପ୍ରମୁଖ ପର୍ବ । ଏହି ପର୍ବର ଶେଷ ଦିନଟିକୁ ଦଶହରା ବା ବିଜୟା ଦଶମୀ ନାମରେ ପରିଚିତ । ଦୁର୍ଗା ପୂଜା ଶକ୍ତି ଉପାସନାର ପର୍ବ । ଏହା ବିଭିନ୍ନ କୁଳାଚାର ମତେ ଷୋଳଦିନ, ନଅଦିନ ବା ତିନିଦିନ ଧରି ପାଳିତ ହୁଏ । ମୁଖ୍ୟତଃ ଶରତ ଋତୁର ଆଶ୍ଵିନ ଶୁକ୍ଲପକ୍ଷ ପ୍ରତିପଦ ଠାରୁ ନବମୀ ବିଶେଷଭାବେ ଦେବୀଙ୍କ ପୂଜନର ପ୍ରକୃଷ୍ଟ ସମୟ ହୋଇଥିଲେ ହେଁ ଚୈତ୍ର ଶୁକ୍ଲ ପକ୍ଷରେ ମଧ୍ୟ ଏହା ବାସନ୍ତୀ ନବରାତ୍ର ରୂପେ ପାଳନ କରାଯାଇଥାଏ । ଦେବୀ ପୁରାଣ ଓ କାଳିକା ପୁରାଣରେ ଦୁର୍ଗାପୂଜାକୁ ଶାରଦୀୟ ପାର୍ବଣ କୁହାଯାଉଥିବା ବେଳେ ମାର୍କଣ୍ଡେୟ ପୁରାଣରେ ବାର୍ଷିକୀ ଶାରଦ ପୂଜନ କୁହାଯାଏ । ଦେବୀ ଦୁର୍ଗା ଦୁଃଖନାଶିନୀ।ନବରାତ୍ରୀରେ ଦୁର୍ଗାଙ୍କୁ ଶ୍ରଦ୍ଧାର ସହ ପୂଜା କଲେ ଉପାସକ ନବଶକ୍ତି ପ୍ରାପ୍ତ ହେଇଥାନ୍ତି । ଶାରଦୀୟ ନବରାତ୍ରୀ କାଳରେ ବ୍ରହ୍ମାଣ୍ଡର ସମସ୍ତ ଗ୍ରହ ସକ୍ରିୟ ଥିବାରୁ ଶକ୍ତି ଉପାସକଙ୍କର କୈଣସି ଅନିଷ୍ଟ ହୁଏନାହିଁ । ଦୁର୍ଗାଙ୍କର ଏହି ନବଶକ୍ତି ଜାଗ୍ରତ କରିବା ପାଇଁ ନବାର୍ଣ୍ଣ ବା ନବାକ୍ଷରୀ ମନ୍ତ୍ର ଜପ କରିବା ପାଇଁ ପରାମର୍ଶ ଦିଆଯାଇଛି । ନବର ଅର୍ଥ ନଅ ଓ ଅର୍ଣର ଅର୍ଥ ଅକ୍ଷର । ନବାର୍ଣ୍ଣ ମନ୍ତ୍ରଟି ହେଉଛି - ଐଂ ହ୍ଲୀଂ କ୍ଲୀଂ ଚାମୁଣ୍ଡାୟୈ ବିଚ୍ଚେ।ଏହି ମନ୍ତ୍ରର ପ୍ରତ୍ୟେକ ଅକ୍ଷର ଦୁର୍ଗାଙ୍କ ଗୋଟିଏ ଗୋଟିଏ ଶକ୍ତିର ପରିଚାୟକ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ଵଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ଯୋଗ (ଇଂରାଜୀ:Yoga ( /ˈjoʊɡə/; ସଂସ୍କୃତ: योग, Listen) ପ୍ରାଚୀନ ଭାରତରେ ପ୍ରାୟ ୬୦୦୦ ବର୍ଷ ପୂର୍ବେ ବିକଶିତ ହୋଇଥିବା ଶରୀର,ମନ ଓ ଆତ୍ମାକୁ ସଂଯମ କରିବାର ଏକ ଆଧ୍ୟାତ୍ମିକ ପଦ୍ଧତି । ଯୋଗର ଅନେକ ଅନେକ ଶାଖା ଓ ଅଭ୍ୟାସ ରହିଛି । ଏହାର ହିନ୍ଦୁଧର୍ମ, ବୌଦ୍ଧଧର୍ମ ଓ ଜୈନଧର୍ମରେ ବିଭିନ୍ନ ସାଧନା ମାର୍ଗ ରହିଛି । ଯୋଗର ବହୁ ଶାଖା ମଧ୍ୟରେ ରାଜଯୋଗ ଓ ହଠଯୋଗ ବିଶେଷ ପ୍ରସିଦ୍ଧ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଦୁର୍ଗା ପୂଜା ଆଶ୍ଵିନ ମାସରେ ହିନ୍ଦୁମାନେ ପାଳନ କରୁଥିବା ଏକ ଉତ୍ସବ । ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣିତ ଅଛି ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶୀର୍ବାଦରୁ ରାଜ୍ୟହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧି ବୈଶ୍ୟ ମଧ୍ୟ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ । ସମସ୍ତ ଦେବତା ଯେବେ ମହିଷାସୁରର ଅତ୍ୟାଚାରରେ ସନ୍ତ୍ରପ୍ତ ହୋଇ ବ୍ରହ୍ମାଙ୍କ ଶରଣାପନ୍ନହେଲେ ସେତେବେଳେ ବ୍ରହ୍ମା, ଶ୍ରୀବିଷ୍ଣୁ ଓ ଶିବଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜଦ୍ଵାରା ଦୁର୍ଗାଙ୍କୁ ଆବାହନ କଲେ, ଏବଂ ଦେବୀ ଦୁର୍ଗା ପ୍ରକଟୀତା ହେଲେ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ,ଶେଷରେ ଦେବୀ ସିଂହ ବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ । ଅନେକ ସମୟ ଯୁଦ୍ଧ କଲାପରେ ଦେବୀ ଶୂଳଦ୍ଵାରା ମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଗଦ୍ଵାରା ଶିରଚ୍ଛେଦ କଲେ । ସେହି ସମୟ ଥିଲା ଚୈତ୍ର ଶୁକ୍ଳ ପକ୍ଷ ଅଷ୍ଟମୀ ଓ ନବମୀର ସନ୍ଧିକ୍ଷଣ, ତେଣୁ ଏହିସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ମିଳିତ ଜାତିସଂଘ ଗୋଟିଏ ଅନ୍ତଃ -ସରକାରୀ ଅନୁଷ୍ଠାନ ଯାହା ଅନ୍ତର୍ଜାତିକ ସହଯୋଗକୁ ବିକଶିତ କରିଥାଏ । ପୂର୍ବରୁ ନିଷ୍କ୍ରିୟ ଥିବା ଥିବା କେତେକ ରାଷ୍ଟ୍ରର ଗୋଷ୍ଠୀକୁ ପରିବର୍ତିତ ରୂପ ଦେଇ ୨୪ ଅକ୍ଟୋବର ୧୯୪୫ରେ ମିଳିତ ଜାତିସଂଘର ସଂସ୍ଥାପନା ହେଇଥିଲା । ଦ୍ଵିତୀୟ ମହାସମର ପରେ ଯେମିତି ସେପରି ନ ହୁଏ ସେତେବେଳେ ୫୧ଟି ସଦସ୍ୟ ରାଷ୍ଟ୍ରକୁ ନେଇ ଗଠନ ହେଇଥିବା ମିଳିତ ଜାତିସଂଘରେ ବର୍ତମାନ ସଦସ୍ୟ ସଂଖ୍ୟା ୧୯୩ । ମିଳିତ ଜାତିସଂଘର ମୁଖ୍ୟ କାର୍ଜ୍ୟାଳୟ ନିଉୟର୍କ ସହରର ମାନହାଟ୍ଟନଠାରେ ଅବସ୍ଥିତ । ଏହା ବ୍ୟତୀତ ଜେନେଭା , ନାଇରୋବି ,ଏବଂ ଭିଏନାରେ ମଧ୍ୟ ମୁଖ୍ୟ କାର୍ଜ୍ୟାଳୟ ସବୁ ରହିଛି ।ଏହି ସଂଗଠନ ସଦସ୍ୟ ରାଷ୍ଟ୍ର ସମୂହଙ୍କ ସ୍ଵେଚ୍ଛାକୃତ ଏବଂ ଆତ୍ମ ନିର୍ଧାରିତ ଅନୁଦାନଦ୍ଵାରା ପରିଚାଳିତ ହୁଏ । ଏହାର ମୂଳ ଲକ୍ଷ୍ୟ ହେଲା ଅନ୍ତର୍ଜାତିକ ଶାନ୍ତି ଓ ସୁରକ୍ଷା ବଜାୟ ରଖିବା , ମାନବିକ ଅଧିକାରର ଅଗ୍ରାଧିକାର , ସାମାଜିକ ଓ ଅର୍ଥନୈତିକ ସନ୍ତୁଳନ ରଖିବା , ପରିବେଶର ସୁରକ୍ଷା କରିବା ଓ ମରୁଡି ବା ପ୍ରକୃତିକ ଦୁର୍ବିପାକ ସମୟରେ ମାନବିକ ସାହାଯ୍ୟ ଯୋଗେଇଦେବା , ଓ ସାମରିକ ଦ୍ଵନ୍ଦର ସମାଧାନ କରିବା ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଗଣେଶ, ଗଣପତି, ବିନାୟକ ବା ତାମିଲରେ ପିଲ୍ଲାଇୟାର ହେଉଛନ୍ତି ସବୁଠାରୁ ଅଧିକ ପୂଜିତ ହିନ୍ଦୁ ଦେବତା । ସେ ମହାଦେବ ଶିବ ଓ ଦେବୀ ପାର୍ବତୀଙ୍କର ସାନ ପୁଅ ଓ କାର୍ତ୍ତିକେୟଙ୍କର ସାନ ଭାଇ । ତାଙ୍କର ବାହନ ମୂଷିକ । ଗଣେଶଙ୍କର ପ୍ରତିକୃତି ଭାରତ ଓ ନେପାଳରେ ସର୍ବତ୍ର ପରିଦୃଷ୍ଟ ହୁଏ। ହିନ୍ଦୁମାନେ ଜାତି, ଭାଷା, ବର୍ଣ ନିର୍ବିଶେଷରେ ଗଣେଶଙ୍କୁ ପୂଜା କରିଥାନ୍ତି। ଏପରିକି ଜୈନ, ବୁଦ୍ଧ ଓ ଅଣଭାରତୀୟମାନେ ମଧ୍ୟ ଗଣେଶଙ୍କ ଉପାସନା କରିଥାନ୍ତି। ଶାସ୍ତ୍ରରେ ୩୨ ପ୍ରକାର ଗଣେଶଙ୍କ ବିଷୟରେ ବର୍ଣ୍ଣନା କରାଯାଇଛି ।ଅନେକ ବିଶେଷତ୍ୱ ମଧ୍ୟରୁ ଗଣେଶ ତାଙ୍କର ହାତୀ ମୁଣ୍ଡ ଯୋଗୁ ସହଜରେ ଚିହ୍ନା ପଡ଼ନ୍ତି । ବିଘ୍ନ ନାଶକ ରୂପେ ସେ ସର୍ବତ୍ର ପୂଜିତ ହୁଅନ୍ତି । କଳା, ବିଜ୍ଞାନର ଓ ବୁଦ୍ଧିମତ୍ତାର ଦେବତା ଓ ସଂରକ୍ଷକ ରୂପେ ସେ ପରିଚିତ । ଆଦି ଦେବତା ହିସାବରେ ପ୍ରତ୍ୟେକ ଶୁଭ କାର୍ଯ୍ୟ, ପୂଜା, ଲେଖାପଢ଼ା ଓ ଧାର୍ମିକ କ୍ରିୟା ଆରମ୍ଭରେ ତାଙ୍କର ଆବାହନ କରାଯାଏ ।
ଅପରେଙ୍ଗ ସିଷ୍ଟମ କମ୍ପ୍ୟୁଟରର ବିଭିନ୍ନ ରିସୋର୍ସ ଯେପରିକି ମେମୋରୀ, ସି.ପି.ଇଉ., ଅନ୍ୟାନ୍ୟ ହାର୍ଡୱେର ଇତ୍ୟାଦିଙ୍କୁ ସଠିକ ଭାବେ ପରିଚାଳନା କରି ଏକ କମ୍ପ୍ୟୁଟରକୁ ସମ୍ପୂର୍ଣଭାବେ କାର୍ଯ୍ୟକାରୀ କରିବାରେ ସାହାଯ୍ୟକରେ । ଏହା ବିଭିନ୍ନ ପ୍ରୋଗ୍ରାମ, ହାର୍ଡୱେର ମଧ୍ୟରେ ତାଳ ମେଳ ରକ୍ଷା କରି ସେମାନଙ୍କୁ ଆବଶ୍ୟକୀୟ ରିସୋର୍ସ ପ୍ରଦାନ କରେ, ଯାହାଦ୍ଵାରା କମ୍ପ୍ୟୁଟରଟି ସୁରୁଖୁରରେ କାର୍ଯ୍ୟ କରିପାରେ ।
ବଂଶୀଧର ପଣ୍ଡା, (୨୬ ନଭେମ୍ବର ୧୯୩୨- ୨୨ ମଇ ୨୦୧୮) ଇମ୍ଫାର ପ୍ରତିଷ୍ଠାତା ଅଧ୍ୟକ୍ଷ ଥିଲେ । ଓଡ଼ିଶାର ଶିଳ୍ପବିକାଶ କ୍ଷେତ୍ରରେ ତାଙ୍କର ପ୍ରମୁଖ ଭୂମିକା ରହିଥିଲା । ବିଜୁ ପଟ୍ଟନାୟକଙ୍କ ସହିତ ତାଙ୍କର ଘନିଷ୍ଟ ବନ୍ଧୁତା ରହିଥିଲା । ବିଜୁ ବାବୁ ୧୯୬୧ ମସିହାରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ହେବା ପରେ, ଓଡ଼ିଶାରେ ଶିଳ୍ପ ପ୍ରତିଷ୍ଠା କରିବା ପାଇଁ ବଂଶୀଧର ବାବୁଙ୍କୁ ନିମନ୍ତ୍ରଣ କରିଥିଲେ । ସେତେବେଳେ, ବଂଶୀଧର ଯୁକ୍ତରାଷ୍ଟ୍ର ଆମେରିକାର ନାସାରେ ଜଣେ ବୈଜ୍ଞାନିକ ଭାବରେ କାର୍ଯ୍ୟରତ ଥିଲେ । ଶିଳ୍ପସମୃଦ୍ଧ ଓଡ଼ିଶାର ସ୍ଵପ୍ନ ଦେଖିଥିବା ବଂଶୀଧର, ବିଜୁ ବାବୁଙ୍କ ନିମନ୍ତ୍ରଣ ରକ୍ଷାକରି, ନିଜ ଚାକିରୀ ଛାଡି ଓଡ଼ିଶା ଫେରିଆସିଥିଲେ ଓ ୧୯୬୧ ମସିହାରେ ଅବିଭକ୍ତ କୋରାପୁଟ ଜିଲ୍ଲାର(ବର୍ତ୍ତମାନ ରାୟଗଡ଼ା ଜିଲ୍ଲା) ଥେରୁବାଲିଠାରେ ଇମ୍ଫା ପ୍ରତିଷ୍ଠା କରିଥିଲେ । ବିଜୁ ବାବୁଙ୍କ କଳିଙ୍ଗ ଟ୍ୟୁବ୍ସ ପରେ, ଇମ୍ଫା ଓଡ଼ିଶାର ନିଜସ୍ଵ ପ୍ରଯୁକ୍ତିରେ ନିର୍ମିତ ଦ୍ଵିତୀୟ ବୃହତ ଶିଳ୍ପର ମାନ୍ୟତା ପାଇଥିଲା । ଇମ୍ଫା ବହୁ ଲୋକଙ୍କୁ ନିଯୁକ୍ତି ପ୍ରଦାନ କରିବା ସହିତ, ପାରିପାର୍ଶ୍ଵର ବହୁ ଲୋକଙ୍କ ଜୀବନମାନରେ ଉନ୍ନତି ଆଣିବାରେ ସକ୍ଷମ ହୋଇପାରିଥିଲା । ବଂଶୀଧର "ଉତ୍କଳ ଚାମ୍ବର ଅଫ କମର୍ସ", "ଏନ ଆଇଟି ରାଉରକେଲା ପରିଚାଳନା ସମିତି", "ଆଇ ଆଇଟି ଖଡ଼ଗପୁର ପରିଚାଳନା ସମିତି"ର ଅଧ୍ୟକ୍ଷ ଏବଂ "ଆଇ ଆଇ ଏମ କଲିକତା ପରିଚାଳନା ସମିତି"ର ସଦସ୍ୟ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ ।ବଂଶୀଧର ବାବୁ କେବଳ ଜଣେ ଶିଳ୍ପପତି ନହୋଇ, ସମାଜର ଅନଗ୍ରସର ବର୍ଗର କଲ୍ୟାଣ ନିମନ୍ତେ ଚେଷ୍ଟିତ ଥିଲେ । ୨୦୧୧ରେ 'ବଂଶୀଧର ଇଲା ପଣ୍ଡା ଫାଉଣ୍ଡେସନ' ପ୍ରତିଷ୍ଠାକରି ସେ ଏ ଦିଗରେ କାର୍ଯ୍ୟକରୁଥିଲେ । ତାଙ୍କ ପୃଷ୍ଟପୋଷକତାରେ ପ୍ରତିବର୍ଷ ଶାରଳା ପୁରସ୍କାର, ଏକଲବ୍ୟ ପୁରସ୍କାର ଆଦି ମଧ୍ୟ ପ୍ରଦାନ କରାଯାଇଥାଏ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଲିଓନାର୍ଡୋ ଦା ଭିନ୍ସି (Leonardo di ser Piero da Vinci: Italian pronunciation: [leoˈnardo da vˈvintʃi] pronunciation (help•info); 15 April 1452 – 2 May 1519, Old Style) ଜଣେ ଇତାଲିୟ ବ୍ୟକ୍ତି ଥିଲେ ଓ ଏକା ଧାରରେ ଜଣେ ଚିତ୍ରକର, ସ୍ଥପତି, ଆର୍କିଟେକ୍ଟ, ସଙ୍ଗୀତଜ୍ଞ, ଗଣିତଜ୍ଞ, ଯନ୍ତ୍ରୀ (ଇଞ୍ଜିନିଅର), ଉଦ୍ଭାବକ, ଶରୀର ଗଠନ ବିଶେଷଜ୍ଞ (ଆନାଟମିଷ୍ଟ), ଭୂତତ୍ତ୍ଵବିଦ (ଜେଓଲୋଜିଷ୍ଟ), କାର୍ଟୋଗ୍ରାଫର, ଉଭିଦବିଜ୍ଞାନୀ ଓ ଲେଖକ ଥିଲେ । ସେ ଅତ୍ୟଧିକ କୌତୁହଳି ଓ ଅନୁସନ୍ଧିତ୍ସୁ ଥିଲେ । ତାଙ୍କୁ ରେନାସାଁ ମଣିଷ ବା ଅତୃପ୍ତ କୌତୁହଳି ଓ ଅତ୍ୟଧିକ ଉଦ୍ଭାବନୀ ଚିନ୍ତାଧାରା ସମ୍ପର୍ଣ୍ଣ କୁହାଯାଉଥିଲା । ତାଙ୍କୁ ସର୍ବକାଳୀନ ଶ୍ରେଷ୍ଠ ଚିତ୍ରକର ଓ ବିବିଧ କଳାସମ୍ପର୍ଣ୍ଣ ମଣିଷ କୁହାଯାଏ । ଐତିହାସିକ ହେଲେନ ଗାର୍ଡନରଙ୍କ ମତରେ ତାଙ୍କ ଭଳି ଅନୁସନ୍ଧାନ ଆଗ୍ରହୀ ସଂସାରରେ ଅଦ୍ଵିତୀୟ ଓ ଅବିଦିତ । ତାଙ୍କର ମନ personality ସେ ଅତିମାନବୀୟ ଥିଲେ ତଥା ସେ ନିଜେ mysterious ଓ remote ଥିଲେ । ମାର୍କୋ ରୋଷୀ ମତରେ ଲିୟନାର୍ଡୋଙ୍କ ବିଷୟରେ ବହୁତ ଜିଜ୍ଞାସା ଥିଲେ ମଧ୍ୟ ସେ ତତ୍ତ୍ଵାନୁମୋଦିତ ଥିଲେ । ତାଙ୍କର ଦୃଷ୍ଟିରେ ସଂସାର ରହସ୍ୟମୟ ନ ହୋଇ ତାତ୍ଵିକ ଥିଲା । ତାଙ୍କର କର୍ମ ପଦ୍ଧତି ସେ ଯୁଗ ନିମନ୍ତେ ଅସାଧାରଣ ଥିଲା।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ଵାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ଶ୍ରୀଦେବୀ (ଜନ୍ମ ଶ୍ରୀ ଆମ୍ମା ଆୟାଙ୍ଗାର ଆୟାପାନ; ୧୩ ଅଗଷ୍ଟ ୧୯୬୩) ହେଉଛନ୍ତି ଜଣେ ଭାରତୀୟ ଚଳଚ୍ଚିତ୍ର ଅଭିନେତ୍ରୀ ଓ ଚଳଚ୍ଚିତ୍ର ପ୍ରଯୋଜିକା ଯେ, ତାମିଲ୍, ତେଲୁଗୁ, ହିନ୍ଦୀ, ମାଲାୟାଲାମ ଓ କନ୍ଣଡ ଚଳଚ୍ଚିତ୍ରରେ କାମ କରିଛନ୍ତି । ତାଙ୍କୁ ଭାରତୀୟ ଚଳଚ୍ଚିତ୍ରର ଅନ୍ୟତମ ଲୋକପ୍ରିୟ ଅଭିନେତ୍ରୀ ଭାବେ ଗଣାଯାଏ ।ଶ୍ରୀଦେବୀ ତାଙ୍କର ଚଳଚ୍ଚିତ୍ର ଜୀବନ ୪ ବର୍ଷ ବୟସରେ, ଏମ୍ ଏ ଥିରୁମୁଘମ୍ଙ୍କ ଧାର୍ମିକ ଚଳଚ୍ଚିତ୍ର ଥୁନାଇଭାନରେ ଶିଶୁ କଳାକାର ରୂପେ ଆରମ୍ଭ କରିଥିଲେ ଓ ତାମିଲ, ତେଲୁଗୁ, ମାଲାୟାଲାମ ଓ କନ୍ଣଡ ଚଳଚ୍ଚିତ୍ରରେ ଶିଶୁ କଳାକାର ରୂପେ ନିଜର ଅଭିନୟ ଜୀବନ ଚାଲୁ ରଖିଥିଲେ । ସେ ଶିଶୁ କଳାକାର ଭାବେ ୧୯୭୫ ମସିହାରେ ପ୍ରସିଦ୍ଧ ଚଳଚ୍ଚିତ୍ର ଜୁଲିଦ୍ୱାରା ନିଜ ବଲିଉଡ ଜୀବନ ଆରମ୍ଭ କରିଥିଲେ ଓ ୧୩ ବର୍ଷ ବୟସରେ ୧୯୭୬ ମସିହାରେ ତାମିଲ ଚଳଚ୍ଚିତ୍ର ମୁନ୍ଦ୍ରୁ ମୁଦିଚୁରେ ପ୍ରଥମ ସାବାଳିକା ଅଭିନୟ କରିଥିଲେ । ଧୀରେ ଧୀରେ, ଶ୍ରୀଦେବୀ ତାମିଲ ଓ ତେଲୁଗୁ ଚଳଚ୍ଚିତ୍ର ଯଥା:, ୧୬ ଭାୟାଥିନିଲେ (୧୯୭୭), ସିଗାପ୍ପୁ ରୋଜାକ୍କଲ (୧୯୭୮), ଭାରୁମାଇନ ନୀରମ ସିବାପୁ (୧୯୮୦), ମିନ୍ଦମ କୋକୋଳା (୧୯୮୧), ପ୍ରେମ୍ଭିଷେକମ (୧୯୮୧), ମୁନ୍ଦ୍ରମ ପିରାଇ (୧୯୮୨), ଆଖାରି ପୋରତମ୍ (୧୯୮୮), ଜାଗଦେକା ଭିରୁଦୁ ଅତିଲୋକ ସୁନ୍ଦରୀ (୧୯୯୦) ଓ କ୍ଷଣ କ୍ଷଣମ୍ (୧୯୯୧) ପ୍ରଭୃତିରେ ଅଭିନୟ କରି ଅନ୍ୟତମ ଅଗ୍ରଣୀ ଅଭିନେତ୍ରୀ ଭାବେ ପ୍ରତିଷ୍ଠିତ ହୋଇଥିଲେ ।
ଗ୍ରୋଥ ହରମୋନ ଅଭାବବା ଜିଏଚଡି (ଇଂରାଜୀ ଭାଷାରେ Growth hormone deficiency/ (GHD) ଏକ ବେମାରୀ ଯେଉଁଥିରେ ଯଥେଷ୍ଟ ଗ୍ରୋଥ ହରମୋନ (ଜିଏଚ) (growth hormone) ନଥାଏ । ସାଧାରଣତଃ ଛୋଟ ଉଚ୍ଚତା ଥାଏ (short height) ଏହି ରୋଗୀର ଧ୍ୟାନ ଆକର୍ଷଣକାରୀ ଲକ୍ଷଣ ହୁଏ । ନବଜାତ ଶିଶୁର ନିମ୍ନ ରକ୍ତ ଶର୍କରା ବା ଛୋଟ ଲିଙ୍ଗ (small penis) ଥାଏ । ଯୁବକମାନଙ୍କର କମ ମାଂସପେଶୀ, ଅଧିକ କୋଏସ୍ଟେରୋଲ ସ୍ତର ବା ଓଷ୍ଟିଓପୋରୋସିସ ଥାଏ ।ଏହି ଜିଏଚଡି ରୋଗ ଜନ୍ମରୁ (Congenital) ଥାଇପାରେ ବା ପରେ ଉତ୍ପନ୍ନ ହୋଇପାରେ । ଏହାର କାରଣ ସ୍ୱରୁପ ଜେନେଟିକ (Genetics), ଆଘାତ, ସଂକ୍ରମଣ, ଅର୍ବୁଦ tumors, ରାଡିଏସନ ଥେରାପି (radiation therapy) ଇତ୍ୟାଦି ଥାଏ । ଜିଏଚ୧ (GH1), ଜିଏଚଆରଏଚଆର (GHRHR), ବା ବିଟିକେ (BTK) ଭଳି ଜିନ ଯୋଗୁ ମଧ୍ୟ ଏହି ରୋଗ ହୋଇପାରେ । ଏକ ତୃତୀୟାଂଶ କେଶ୍ମାନଙ୍କରେ କୌଣସି କାରଣ ପ୍ରତୀୟମାନ ହୁଏନି । ପିଟୁଇଟାରି ଗ୍ରନ୍ଥିରେ (pituitary gland) ସମସ୍ୟା ଥିବା ଜଣାଯାଏ । ଅନ୍ୟ କେତେକ ପିଟୁଇଟାରି ହରମୋନର (pituitary hormone) ମଧ୍ୟ ଅଭାବ ଥାଇପାରେ ଓ ତାହାକୁ ମିଳିତ ପିଟୁଇଟାରୀ ହରମୋନ ଅଭାବ (combined pituitary hormone deficiency) ନାମ ଦିଆଯାଏ । ରକ୍ତରେ ଗ୍ରୋଥ ହରମୋନ ସ୍ତର ମାପ କରି ରୋଗ ନିର୍ଣ୍ଣୟ କରାଯାଏ ।ଗ୍ରୋଥ ହରମୋନ ପ୍ରତିସ୍ଥାପନ (growth hormone replacement) କରି ଚିକିତ୍ସା କରାଯାଏ । କେତେ ଜଣକୁ ଏ ରୋଗ ହୁଏ ତାହାର ହିସାବ ଅସ୍ପଷ୍ଟ ଅଛି । ଅଧିକାଂଶ କେଶ୍ ପିଲାଙ୍କଠାରେ ଦେଖାଯାଏ । ପ୍ରାୟ ୭,୦୦୦ ଲୋକରେ ଜଣକୁ ଏ ରୋଗ ଆକ୍ରମଣ କରେ । ପୁରୁଷ ଓ ମହିଳା ଉଭୟଙ୍କୁ ସମ ଭାବରେ ରୋଗ ହେଲେ ମଧ୍ୟ ପୁରୁଷଙ୍କର ଅଧିକ ନିର୍ଣ୍ଣୟ କରାଯାଏ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ଵବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ଵତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ଚିଲିକା ଓଡ଼ିଶାର ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମ ଜିଲ୍ଲାରେ ବ୍ୟାପିଥିବା ଏକ ଲବଣାକ୍ତ ହ୍ରଦ । ଏହା ଓଡ଼ିଶାର ସବୁଠୁ ବଡ଼ ହ୍ରଦ । ଅଂଶୁପା ଓ ସର ମଧୁରଜଳ ହ୍ରଦ ହୋଇଥିବା ବେଳେ ଚିଲିକା ହେଉଛି ଲବଣାକ୍ତ ଜଳ ( Brackish Water) ହ୍ରଦ। ଏଠାରେ ଥିବା ନଳବଣ ବିଦେଶୀ ପକ୍ଷୀମାନଙ୍କ ଶୀତକାଳୀନ ବାସସ୍ଥାନ । ଚିଲିକାରେ ଶୀତଦିନ ବିତାଇବା ପାଇଁ ଏମାନେ ହଜାର ହଜାର ମାଇଲ ଉଡ଼ି ସୁଦୂର ଉତ୍ତର ଗୋଲାର୍ଦ୍ଧ ଓ ସାଇବେରିଆ ଅଞ୍ଚଳରୁ ଆସନ୍ତି । ଏଠାରେ ଥିବା ପରିକୁଦ ଓ ମାଲୁଦ ଦ୍ଵୀପରେ ଥିବା ମନ୍ଦିର ପର୍ଯ୍ୟଟକମାନଙ୍କ ପାଇଁ ଅନ୍ୟତମ ଆକର୍ଷଣ । ପ୍ରକୃତିର ବିବିଧତା ଏଠାରେ ଫୁଟିକରି ଦେଖାଯାଏ । ବିଭିନ୍ନ ପ୍ରକାରର ପକ୍ଷୀ, ସାମୁଦ୍ରିକ ପ୍ରାଣୀ, ଉଦ୍ଭିଦମାନଙ୍କର ଏହା ଗନ୍ତାଘର ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ରାୟଗଡ଼ା ସ୍ଵୟଂଶାସିତ ମହାବିଦ୍ୟାଳୟ
ରାୟଗଡ଼ା ସ୍ଵୟଂଶାସିତ ମହାବିଦ୍ୟାଳୟ ରାୟଗଡ଼ା ଜିଲ୍ଲାର ରାୟଗଡ଼ା ସହରରେ ଅବସ୍ଥିତ । ଓଡ଼ିଶାର ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ସହ ଏହା ଅନୁବନ୍ଧିତ । ଯୁକ୍ତ ୨ ପାଠ୍ୟକ୍ରମର ଶିକ୍ଷାଦାନ ପାଇଁ ଏହି ଅନୁଷ୍ଠାନଟି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଓଡ଼ିଶା ସହ ଅନୁବନ୍ଧିତ ହୋଇଥିଲା ।
ମହା ଶିବରାତ୍ରି ଏକ ହିନ୍ଦୁ ପର୍ବ । ଏହି ଦିନ ଶିବଙ୍କ ପୂଜା କରଯାଏ । ଏହା ଫାଲ୍ଗୁନମାସ କୃଷ୍ଣ ପକ୍ଷ ଚତୁର୍ଦ୍ଦଶୀ ଦିନ ପାଳନ କରାଯାଏ ।ମୁନି ସନତ କୁମାରଙ୍କ ମତରେ ଶିବଙ୍କୁ ପ୍ରସନ୍ନ କରିବାର ଦଶଗୋଟି ବ୍ରତ ଅଛି । ସେ ମଧ୍ୟରୁ ଶିବରାତ୍ରି ବ୍ରତ ସର୍ବଶ୍ରେଷ୍ଠ ଓ ସର୍ବକାମପ୍ରଦ ଅଟେ । ଜାବାଳି ଶ୍ରୁତି ଅନୁସାରେ ଦଶ ଶୈବ ବ୍ରତ ମଧ୍ୟରେ ଏହି ଶିବରାତ୍ରି ବ୍ରତ ଅତ୍ୟନ୍ତ ସିଦ୍ଧିଦାୟକ । କେତେକ ଶ୍ରୁତି ଅନୁସାରେ ପୁଣ୍ୟ ମାସ ମାଘ ମାସର 'ମାଘସ୍ନାନ' ବ୍ରତ ମଧ୍ୟରେ କୃଷ୍ଣ ଚତୁର୍ଦ୍ଦଶୀ ତିଥିକୁ ଏକ ଶିବରାତ୍ରି ବ୍ରତ ପାଳନ କରାଯାଏ ବୋଲି ବର୍ଣ୍ଣନା ଥିଲେ ମଧ୍ୟ ଫାଲଗୁନ ମାସ କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ପାଳନ କରାଯାଉଥିବା ଶିବରାତ୍ରି ବ୍ରତକୁ ସର୍ବଶ୍ରେଷ୍ଠ ଭାବେ ଗ୍ରହଣ କରାଯାଏ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ଵର ବିଭିନ୍ନ ସ୍ଥାନରୁ ସ୍ଵେଚ୍ଛାସେବକ ମାନଙ୍କ ଅବଦାନଦ୍ଵାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ଵର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ବରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ଵାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ବାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ଵର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ଵର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।