ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ବାମାପଦ ତ୍ରିପାଠୀ ଏବେ ସମାଜର ସମ୍ପାଦକ ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ରେଭେନ୍ସା ମହାବିଦ୍ୟାଳୟ (ବର୍ତ୍ତମାନ ରେଭେନ୍ସା ବିଶ୍ୱବିଦ୍ୟାଳୟ) କଟକରେ ଅବସ୍ଥିତ । ଏହାକୁ ଥୋମାସ ଏଡୱାଡ ରେଭେନ୍ସା (Thomas Edward Ravenshaw) , ୱିଲିୟମ ୱୀଥର (William Withers)ଙ୍କ ବଂଶଜ , ୧୮୬୮ ମସିହାରେ ପ୍ରତିଷ୍ଠା କରିଥିଲେ । ଥୋମାସ ଓ ତାଙ୍କ ପତ୍ନୀ ମ୍ୟାରୀ ସୁସନ୍ନା ସାଇମଣ୍ଡ ରେଭେନ୍ସା (Mary Susannah Symonds Ravenshaw) ସେତେବେଳେ ଓଡ଼ିଶାରେ ରହୁଥିଲେ ।୧୫ ନଭେମ୍ବର ୨୦୦୬ରେ ଏହି କଲେଜକୁ ବିଶ୍ୱବିଦ୍ୟାଳୟ ମାନ୍ୟତା ମିଳିଥିଲା ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଝାନସୀର ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ଵାଧୀନତା ସଂଗ୍ରାମର ଜଣେ ନାୟିକା । ସ୍ଵଦେଶ ଓ ସ୍ଵଜାତିକୁ ପରାଧୀନତାର ଶକ୍ତ ବନ୍ଧନରୁ ମୁକ୍ତ କରିବା ପାଇଁ ଯେଉଁ ନାରୀମାନେ ଆଗକୁ ମାଡି ଆସିଥିଲେ ସେମାନଙ୍କ ମଧ୍ୟରେ ଲକ୍ଷ୍ମୀବାଈ ଅଗ୍ରଗଣ୍ୟା। ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗ ଚାଳନା, ଅଶ୍ଵାରୋହଣ, ବିଭିନ୍ନ୍ ପ୍ରକାର ଶାରୀରିକ ବ୍ୟାୟମ,ଦୁର୍ଦ୍ଦାନ୍ତ ହସ୍ତୀ ମାନଙ୍କୁ ଆୟତ କରିବା ଆଦି ପୁରୁଷ ସୁଲଭ କଳାରେ ସେ ପାରଙ୍ଗମ ଥିଲେ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ବଲାଙ୍ଗୀର ଜିଲ୍ଲାର ପାଟଣାଗଡ ଉପଖଣ୍ଡ ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ପର୍ବତର ପାଦଦେଶରେ ଥିବା ହରିଶଙ୍କର ଉଭୟ ଶୈବପୀଠ ଓ ପ୍ରାକୃତିକ ସୌନ୍ଦର୍ଯ୍ୟ ପାଇଁ ପ୍ରସିଦ୍ଧ । ଏହାର ଦୂରତା ସଦର ମହକୁମାରୁ ପ୍ରାୟ ୮୦ କି.ମି ହେବ । ଗନ୍ଧମାର୍ଦ୍ଦନ ପର୍ବତର ଉତ୍ତରାଞ୍ଚଳରେ ବରଗଡ଼ ଜିଲ୍ଲାର ପ୍ରସିଦ୍ଧ ନୃସିଂହନାଥ ମନ୍ଦିର ଥିବାବେଳେ ଦକ୍ଷିଣରେ ରହିଛି ହରିଶଙ୍କର । ଏହି ପୀଠରେ ହରି ଓ ଶଙ୍କର ଏକାଠି ପୂଜା ପାଉଥିବାରୁ ଏହି ପୀଠର ସ୍ଵତନ୍ତ୍ରତା ରହିଛି । ହରିଶଙ୍କର ମନ୍ଦିର ଏବଂ ନୃସିଂହନାଥ ମନ୍ଦିର ମଧ୍ୟରେ ଅବସ୍ଥିତ ମାଳଭୂମିରେ ବୌଦ୍ଧ ଧର୍ମାଲମ୍ବୀଙ୍କଦ୍ୱାରା ନିର୍ମାଣ କରାଯାଇଥିବା ଧ୍ୱସ୍ତବିଧ୍ୱସ୍ତ ଏକ ପ୍ରାଚୀନ ପରିମଳଗିରି ବିଶ୍ୱବିଦ୍ୟାଳୟ ରହିଛି ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ସ୍କନ୍ଦ ପୁରାଣ, ପୁରାଣ ମାନଙ୍କରେ ସବୁଠାରୁ ବଡ଼ ପୁରାଣ ଅଟେ । ଏହି ପୁରାଣରେ ୮୮୧୦୦ ଶ୍ଲୋକ ଅଛି । ଏହି ପୁରାଣକୁ ସ୍କନ୍ଦ, ଶିବ ଓ ପାର୍ବତୀଙ୍କ ପୁତ୍ର କାର୍ତ୍ତିକେୟ କହିଥିବାରୁ ଏହାର ନାମ ତାଙ୍କ ଅନୁସାରେ ସ୍କନ୍ଦ ଦିଆଯାଇଥିଲା । ଏହା ସାତଟି ଖଣ୍ଡରେ ବିଭକ୍ତ ଅଟେ - ମହେଶ୍ୱର, ବୈଷ୍ଣବ, ବ୍ରହ୍ମା, କାଶୀ, ଅବନ୍ତି, ନଗର ଓ ପ୍ରଭାସ । କାର୍ତ୍ତିକ ଦେବତାଙ୍କ ସେନାକୁ ନିୟନ୍ତ୍ରଣ କରୁଥିଲେ ଓ ତାଡ଼କାସୁରକୁ ମାରିଥିଲେ । ସଂସ୍କୃତ ପୁରାଣମାନଙ୍କ ମଧ୍ୟରୁ କେବଳ ସ୍କନ୍ଦ ପୁରାଣର ଉତ୍କଳ ଖଣ୍ଡ (ବା ପୁରୁଷୋତ୍ତମ କ୍ଷେତ୍ର ମାହାତ୍ମ୍ୟ)ରେ ପୁରୁଷୋତ୍ତମ କ୍ଷେତ୍ର ମାହାତ୍ମ୍ୟର ବିଷୟବସ୍ତୁ ଓ ମହାପ୍ରଭୁ ଜଗନ୍ନାଥ ଚରିତର ତୁଳନାତ୍ମକ ଭାବରେ ବିସ୍ତୃତ ବର୍ଣ୍ଣନା ରହିଛି । ମହର୍ଷି ବ୍ୟାସଦେବ ସ୍କନ୍ଦ ପୁରାଣର ପ୍ରଣେତା ହେଲେ ହେଁ ଉତ୍କଳ ଖଣ୍ଡର ରଚନା ପରବର୍ତ୍ତୀ କାଳରେ ହୋଇଥିବା ଜଣାଯାଏ । ବିଦ୍ୱାନ ଲେଖକ ତଥା ଗବେଷକମାନଙ୍କ ମତକୁ ବିଚାରକୁ ନେଇ ଏହି ଖଣ୍ଡର ରଚନାକାଳ ୮୦୦ରୁ ୧୩୦୦ ଖ୍ରୀଷ୍ଟାବ୍ଦ ମଧ୍ୟରେ ସ୍ଥିର କରାଯାଇପାରେ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ସଂସାରରେ ଅନେକ ପ୍ରକାରର ବନସ୍ପତି ରହିଅଛି । ସେ ସବୁକୁ ମୁଖ୍ୟତଃ ତିନି ଭାଗରେ ବିଭକ୍ତ କରାଯାଇପାରେ । ପ୍ରଥମ ପ୍ରକାର ବନସ୍ପତି ଜାଳେଣି, ସାର ବା କେତେକ ଉପକରଣ ତିଆରି କାମରେ ଲାଗେ, ଦ୍ଵିତୀୟ ପ୍ରକାର ବନସ୍ପତି ମଣିଷ ଓ ଇତର ପ୍ରାଣୀମାନଙ୍କର ଖାଦ୍ୟ ହୋଇଥାଏ ଓ ଆଉ କିଛି ଗଛଲତା ବିଭିନ୍ନ ପ୍ରକାର ରୋଗର ନିରାମୟ ଓ ନିରାକରଣରେ ବ୍ୟବହୃତ ହୋଇଥାଏ । ତେବେ ଏମିତି ଅନେକ ବନସ୍ପତି ରହିଛି ଯାହାର ଏକାଧିକ ଉପଯୋଗ ରହିଥାଏ । ନିମ୍ନସ୍ଥ ତାଲିକାରେ ଥିବା ଗଛଲତା ଗୁଡିକର ଅଂଶବିଶେଷକୁ ଔଷଧ ଭାବେ ଉପଯୋଗ କରାଯାଇଥାଏ ।
ପଞ୍ଚଲିଙ୍ଗେଶ୍ଵର ଶିବ ମନ୍ଦିର ଓଡ଼ିଶାର ବାଲେଶ୍ଵର ଜିଲାର ନୀଳଗିରି ପାଖରେ ଥିବା ପଞ୍ଚଲିଙ୍ଗେଶ୍ଵରରେ ଅବସ୍ଥିତ । ଏହି ଲିଙ୍ଗଗୁଡ଼ିକର ଦର୍ଶନ କରିବା ପାଇଁ ଜଣକୁ ପାହାଡ଼଼ି ଚଟାଣ ଭିତରେ ବହିଯାଇଥିବା ଝରଣା ପାଣି ଦେଇ ହାତରେ ଛୁଇଁ ଜାଣିବାକୁ ପଡ଼ିବ । ଏଠାରେ ପାହାଡ଼଼ୀ ଝରଣା ଭିତରେ ପାଞ୍ଚୋଟି ଶିବଲିଙ୍ଗ ପୂଜାପାଉଛନ୍ତି ଯାହାଙ୍କ ନାମ ଅନୁସାରେ ଏହି ଜାଗାର ନାମ ପଞ୍ଚଲିଙ୍ଗେଶ୍ଵର ହୋଇଅଛି ।ବାଲେଶ୍ୱର ସମୁଦ୍ର ଉପକୂଳରେ ବଙ୍ଗୋପସାଗରର ବେଳାଭୂମିକୁ ସାମନ୍ତରାଳଭାବରେ କୁପାରୀ ଠାରୁ ନୀଳଗିରି ପର୍ଯ୍ୟନ୍ତ ପୂର୍ବଘାଟ ପର୍ବତମାଳା ଲମ୍ବିଆସିଛି । ୧୦୦୦ ଫୁଟ ଛୋଟ ଛୋଟ ପାହାଡ଼ "ଦେବଗିରି" ପର୍ବତମାଳାର ପଞ୍ଚେଲିଙ୍ଗେଶ୍ୱର ଏକ ଅଂଶ ବିଶେଷ । ଏହି ଶୈବପୀଠର ପାଦଦେଶରେ ଝରଣାଟିଏ ବହିଯାଇଛି । ଏହି ଜଳସ୍ରୋତ ମଧ୍ୟରେ ଅଦୃଶ୍ୟ ପାଞ୍ଚଗୋଟି ଲିଙ୍ଗ ହେଉଛନ୍ତି ପଞ୍ଚେଲିଙ୍ଗେଶ୍ୱର ପୀଠ । ଭକ୍ତମାନେ ଜଳସ୍ରୋତ ମଧ୍ୟରେ ପଞ୍ଚେଲିଙ୍ଗେଶ୍ୱରଙ୍କୁ ଦର୍ଶନ କରି ପୂଜାକରନ୍ତି । ପ୍ରସ୍ତର ଉପରେ ବସି ପୁଜକ ଶିବଲିଙ୍ଗ ପୂଜା କରିଥାନ୍ତି । ରାଜ୍ୟ ପର୍ଯ୍ୟଟନ ତରଫରୁ ଯାତ୍ରୀନିବାସର ଆନୁସାଙ୍ଗିକ ବ୍ୟବସ୍ଥା ମଧ୍ୟ ରହିଛି । ସରସ୍ୱତୀ ପୂଜା ସମୟରେ ପାଞ୍ଚ ଦିନ ବ୍ୟାପୀ ମେଳା ହୁଏ । ବହୁ ଲୋକ ଏଠାକୁ ଆସି ଦେବଦର୍ଶନ କରିଥାନ୍ତି ଓ ମନୋହାରୀ ଜିନିଷ କିଣିଥାନ୍ତି । ଦେବଗିରି ପର୍ବତର ଶିଖର ଦେଶରେ ମଣ୍ଡଳେଶ୍ୱରୀ ଦେବୀସ୍ଥାନ ରହିନ୍ତି । ଏହାଙ୍କୁ ବର୍ଷାଦେବୀ ମଧ୍ୟ କହାଯାଏ । ବର୍ଷା ନହେଲେ ଦେବୀଙ୍କୁ ପୂଜାକଲେ ବର୍ଷା ହୋଇଥାଏ ବୋଲି ଲୋକବିଶ୍ୱାସ ରହିଛି । ଦେବଗିରି ପର୍ବତମାଳା ପରିବେଷ୍ଟିତ ପର୍ବତର ଶୀର୍ଷଦେଶରୁ ମଙ୍ଗଳପୁର ପ୍ରାଚୀନ ପଥ ଓ ଦୁର୍ଗପର୍ଯ୍ୟନ୍ତ ଏକ ସୁଡ଼ଙ୍ଗ ରହିଛି । ଜନଶୃତି ଅଛି ଯେ ପଞ୍ଚଲିଙ୍ଗେଶ୍ୱର ପାହାଡ଼ର ପାଦଦେଶରୁ ଏହି ସୁଡଙ୍ଗ ରହିଛି ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି lଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ପଶ୍ଚିମ ଓଡ଼ିଶା ( ଇଂରାଜୀ : Western Odisha ) ଓଡ଼ିଶାର କଳାହାଣ୍ଡି ଜିଲ୍ଲାରୁ ଆରମ୍ଭ କରି ସୁନ୍ଦରଗଡ଼ ଜିଲ୍ଲା ପର୍ଯ୍ୟନ୍ତ ପରିବ୍ୟାପ୍ତ ଭୂଖଣ୍ଡକୁ ପଶ୍ଚିମ ଓଡ଼ିଶା କୁହା ଯାଏ । ଏହି ଅଞ୍ଚଳ ଭିତରେ ସମ୍ବଲପୁର ଜିଲ୍ଲା, ବଲାଙ୍ଗୀର , ବରଗଡ଼, ଦେବଗଡ଼ , ଝାରସୁଗୁଡା , କଳାହାଣ୍ଡି , ବୌଦ, ସୁନ୍ଦରଗଡ଼ ନୂଆପଡ଼ା ,ସୁବର୍ଣ୍ଣପୁର ଜିଲ୍ଲା ( ସୋନପୁର) ଜିଲ୍ଲା ସମୂହ ସହ ଅନୁଗୁଳ ଜିଲ୍ଲାର ଆଠମଲ୍ଲିକ ସବ ଡିଭିଜନ ଅନ୍ତର୍ଭୁକ୍ତ । ଏହାକୁ କୋଶଳ ଅଞ୍ଚଳ ବୋଲି କହାଯାଏ । ପଞ୍ଚମ ଶତାବ୍ଦୀ ପୂର୍ବରୁ ଏହି ଅଞ୍ଚଳ ଦକ୍ଷିଣ କୋଶଳ ନାମରେ ପରିଚିତ ଥିଲା ଏବଂ ଏହା ଏକ ବିଶାଳ ଭୌଗୋଳିକ ଅଞ୍ଚଳ ଥିଲା । ଏହା କୃଷିପ୍ରଧାନ ଅଞ୍ଚଳ ଭାବରେ ଏକ ସାଂସ୍କୃତିକ ସମନ୍ନ୍ୟୟ ପୂର୍ଣ ଅଞ୍ଚଳ ଥିଲା । ଏବେ କଳାହାଣ୍ଡି , କୋରାପୁଟ ଓ ବଲାଙ୍ଗିର ମରୁଡ଼ି ପ୍ରବଣ ଜିଲ୍ଲା ଭାବେ KBK ନାମରେ ଚିହ୍ନିତ ହେଇ ଅନେକ ବର୍ଷ ହେଲା କେନ୍ଦ୍ର ତଥା ରାଜ୍ୟ ସରକାରଙ୍କଦ୍ଵାରା ସ୍ଵତନ୍ତ୍ର ସାହାଯ୍ୟ ପ୍ରାପ୍ତ ହେଇଥିଲେ ମଧ୍ୟ ଖୁବ ଦରିଦ୍ର ଓ ଅନା ଟନ ଭିତରେ ଏହାର ଅଧିକାଂଶ ଅଧିବାସୀ ରହିଛନ୍ତି । ପୁଣି ପୁରା ପଶ୍ଚିମ ଓଡ଼ିଶାର ବିକାଶ ପାଇଁ ରାଜ୍ୟ ସରକାର ସ୍ଵତନ୍ତ୍ର 'ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ' ( WODC ) ଗଠନ କରିଛନ୍ତି ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ଵାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବି ମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ବାଲୁଙ୍କେଶ୍ୱର ମନ୍ଦିର ଓଡ଼ିଶାର ଯାଜପୁର ଜିଲ୍ଲାର ଥିବା କଷବା-ଷାଠିବାଟିରେ ଅବସ୍ଥିତ ଏକ ପୁରାତନ ଶିବ ମନ୍ଦିର । ଏଠାରେ ବାଲୁଙ୍କେଶ୍ୱର ପୂଜା ପାଇଥାନ୍ତି । ଆଗରୁ କଷବା ଓ ଷାଠିବାଟିରେ ବହୁଥିବା ଜୁଣେଇ ନଦୀର ଶୁଖିଲା ଶଯ୍ୟାରେ ଏହି ମନ୍ଦିରଟି ସ୍ଥାପନ ହୋଇଥିଲା । ଏହା ଏକାଦଶ ଶତାବ୍ଦୀରେ ସ୍ଥାପିତ ହୋଇଥିଲା । ଯାଜପୁରର କଇଆଁଗୋଲା ରାସ୍ତାର ମଙ୍ଗଳପୁରଠାରୁ ବଡକୁଆଁଲ ରାସ୍ତାରେ ୧.୫ କି.ମି.ଗଲେ ଥାଲକୁଡ଼ି ପଞ୍ଚାୟତର କଷବା ଏବଂ ପାଲଟପୁର ପଞ୍ଚାୟତର ଷାଠିବାଟିରେ ବାଲୁଙ୍କେଶ୍ୱର ମନ୍ଦିର ରହିଛି ।
ଝାରସୁଗୁଡା ବିମାନ ବନ୍ଦର ବା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦର (IATA: VEJH) , ଭାରତୀୟ ରାଜ୍ୟ ଓଡ଼ିଶାର ଝାରସୁଗୁଡା ଜିଲ୍ଲା ସଦର ମହକୁମା ଝାରସୁଗୁଡା ସହରର କେନ୍ଦ୍ର ସ୍ଥଳରୁ ୫ କିଲୋମିଟର ଦୁରବର୍ତୀ ସ୍ଥାନରେ ଅବସ୍ଥିତ । ଏହା ଝାରସୁଗୁଡାରୁ ରାଉରକେଲା ଯିବା ରାଜପଥ ଉପରେ ରହିଛି। ଏହା ଦ୍ଵିତୀୟ ବିଶ୍ଵ ଯୁଦ୍ଧ ସମୟରେ ବ୍ରିଟିଶ ମାନଙ୍କଦ୍ଵାରା ପ୍ରଥମେ ନିର୍ମିତ ହେଇ ବ୍ୟବହୃତ ହେଉଥିଲା । ସ୍ଵାଧୀନତା ପରେ ଏହା ପରିତ୍ୟକ୍ତ ଅବସ୍ଥାରେ ରହିଥିଲା । ପରେ ଏହାର ଉନ୍ନତିକରଣ ହେଇ ଏୟାର ଓଡ଼ିଶା ତରଫରୁ ଭୁବନେଶ୍ବର ଓ ରାଉରକେଲା ମଧ୍ୟରେ ବିମାନ ସେବା ଆରମ୍ଭ ହେଇଥିଲା । ୨୨ ସେପ୍ଟେମ୍ୱର ୨୦୧୮ ମସିହାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଝାରସୁଗୁଡା ବିମାନବନ୍ଦର ଲୋକମାନଙ୍କର ପାଇଁ ଖୋଲା ହୋଇଥିଲା ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ଗାଲିଲିଓଙ୍କ ଜନ୍ମ , ପିସାଠାରେ (ଫେବ୍ରୁୟାରୀ ୧୫ , ୧୫୬୪) ହେଇଥିଲା । (ଠିକ ସେହି ବର୍ଷ ୱିଲିୟମ ସେକ୍ସପିଅରଙ୍କ ମଧ୍ୟ ଜନ୍ମ ହୋଇଥିଲା) ଗାଲିଲିଓ ନିଜ ଛଅ ଭାଇ ଓ ଭଉଣୀଙ୍କ ଭିତରେ ବଡ ଥିଲେ । ଗାଲିଲିଓଙ୍କ ପିତା, ଭିନସେଞ୍ଜୋ ଗାଲିଲି (Vincenzo Galilei), ଇଟାଲୀର ପିସାଠାରେ ପଶମ ବ୍ୟବସାୟ କରୁଥିଲେ । ସମ୍ଭ୍ରାନ୍ତ ବଂଶରେ ଜନ୍ମ ହୋଇ ସୁଦ୍ଧା, ଆର୍ଥିକ ଅନଟନ ଯୋଗୁଁ ତାଙ୍କ ପିତା କୁଳ ଗୌରବ ରକ୍ଷାକରି ନପାରି ସଙ୍ଗୀତ ରଚନା କରି ପରିବାର ପରିପୋଷଣ କରୁଥାନ୍ତି । ଶେଷରେ ସେ ବ୍ୟବସାୟରେ ପଶିଲେ । ଗାଲିଲିଓ ସେତେବେଳେ ଛୋଟପିଲା ହୋଇଥିଲେ ମଧ୍ୟ ସଙ୍ଗୀତକୁ ଆଦରି ନେଲେ । ବଂଶୀ ବଜାଇ ଓ ଗୀତଗାଇ ସେ ସମସ୍ତଙ୍କୁ ମୁଗ୍ଧ କରି ଦେଉଥିଲେ । ସେ ଚିତ୍ର ଅଙ୍କିବାରେ ପାରଦର୍ଶୀ ଥିଲେ । ପିଲାଙ୍କ ପାଇଁ ଖେଳଣା ଓ କଣ୍ଢେଇ ମଧ୍ୟ ତିଆରି କରୁଥିଲେ । ଯିଏ ଦେଖୁଥିଲା ତାଙ୍କ ହାତର ପ୍ରଶଂସା ନକରି ରହିପାରୁନଥିଲା ।
ଜର୍ଜ ତିଆଡ଼ି ଜଣେ ଜଣାଶୁଣା ଓଡ଼ିଆ କଥାଚିତ୍ର ଏବଂ ଦୂରଦର୍ଶନ ଅଭିନେତା । ସେ ଓଡ଼ିଆ କଥାଚିତ୍ର ମୋ ସୁନା ପୁଅ (୨୦୦୭) ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ଜଣେ ଅଭିନେତା ଭାବରେ ପ୍ରବେଶ କରିଥିଲେ । ଏହା ବ୍ୟତୀତ ସେ ଅଭିନୟ କରିଥିବା ଅନ୍ୟାନ୍ୟ ଚଳଚିତ୍ର ଗୁଡିକ ହେଲା ସମୟ, କେମିତି ଏ ବନ୍ଧନ, ତୋ ବିନା ଭଲ ଲାଗେନା, ବ୍ଲାକ୍ମେଲ୍ ଇତ୍ୟାଦି । ପେଶାରେ ସେ ଜଣେ ଆଇନଜୀବି । ଦୂରଦର୍ଶନରେ ସେ ଅନେକ ସିରିୟଲରେ ଅଭିନୟ କରି ତାଙ୍କ ଅଭିନୟ ଦକ୍ଷତାର ପ୍ରମାଣ ଦେଇଛନ୍ତି ।
ବଳଦେବ ରଥ (୧୭୮୯ - ୧୮୪୫) ଗଞ୍ଜାମ ଜିଲ୍ଲାର ଜଣେ ଓଡ଼ିଆ ରୀତି ଯୁଗର କବି । ସେ କବିସୂର୍ଯ୍ୟ ଭାବେ ପରିଚିତ । ଏକାଧାରରେ ଜଣେ କବି ଓ ସଙ୍ଗୀତକାର ଭାବରେ କବିତା, ଚମ୍ପୂ ଆଦିର ରଚନା କରି ସ୍ଵରସଂଯୋଜନା କରିଥିଲେ । ଗଞ୍ଜାମ ଜିଲ୍ଲାର ଢୁମ୍ପା ସଙ୍ଗୀତକୁ କବିସୂର୍ଯ୍ୟ ଆରମ୍ଭ କରିଥିଲେ ଓ ଗୀତ ରଚନା କରିଥିଲେ । ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।
ତାରିଣୀ ମନ୍ଦିର ଓଡ଼ିଶାର କେନ୍ଦୁଝର ଜିଲ୍ଲାର ଘଟଗାଁରେ ଥିବା ଏକ ଠାକୁରାଣୀ ମନ୍ଦିର । ଏଠାକାର ଅଧିଷ୍ଠାତ୍ରୀ ଦେବୀ ତାରିଣୀ । ପ୍ରବାଦରେ ଅଛି ଘଟଗାଁଠାରେ ଥିବା ମା ତାରିଣୀ ମନ୍ଦିରକୁ ୧୪୮୦ ମସିହାରେ କେନ୍ଦୁଝରର ତତ୍କାଳୀନ ରାଜା ଗୋବିନ୍ଦ ଭଞ୍ଜଦେଓ ନିର୍ମାଣ କରେଇଥିଲେ । ପୁରୀର ତତ୍କାଳୀନ ଗଜପତି ମହାରାଜାଙ୍କ ଆଦେଶକ୍ରମେ ମା ତାରିଣୀ ନୂଆ ମନ୍ଦିର ଘଟଗାଁଠାରେ ଶକ୍ତିପୀଠ ଭାବରେ ସ୍ଥାପିତ ହେଇପାରିଥିଲା । ମା ତାରିଣୀଙ୍କଠାରେ ମନାସିକ କାଲେ ତାହା ନିଶ୍ଚୟ ପୂରଣ ହୁଏ ବୋଲି ଭକ୍ତଙ୍କ ବିଶ୍ବାସ ଥାଏ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ସ୍ଵାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ଵ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ଵଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ଵଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ଵନାଥ ଦତ୍ତ ଓ ଭୁବନେଶ୍ଵରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ଵାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା ।
ଅନନ୍ତ ଚତୁର୍ଦ୍ଦଶୀ ଭାଦ୍ରବ ଶୁକ୍ଳ ଚତୁର୍ଦ୍ଦଶୀ ଦିନ ପାଳନ କରାଯାଏ । ମହାମୁନୀ କଶ୍ୟପ ଓ ଦକ୍ଷ –ପୁତ୍ରୀ କଦ୍ରୂଙ୍କଠାରୁ ଜନ୍ମିତ ଅନନ୍ତଙ୍କୁ ପୁରାଣମାନଙ୍କରେ ଶେଷ, ବାସୁକୀ ଓ ଶୋନସ ନାମରେ ସ୍ତୁତି କରାଯାଇଛି । ହରିବଂଶ ପୁରାଣ ମତରେ ଜନ୍ମ ପରେ ଅନନ୍ତଦେବ ମାତାଙ୍କୁ ପରିତ୍ୟାଗ କରି ବାୟୁଭକ୍ଷ ବ୍ରତ ଅବଲମ୍ବନ କଲେ । ଜିତେନ୍ଦ୍ରିୟ ରୂପେ ଅନନ୍ତ ଅନେକ ତୀର୍ଥ ଭ୍ରମଣ ପୂର୍ବକ କଠୋର ତପସ୍ୟା କରିଥିଲେ । ଉଗ୍ର ତପସ୍ୟାରେ ପ୍ରୀତ ହୋଇ ପିତାମହ ବ୍ରହ୍ମା ତାଙ୍କୁ ଅଭୟ ଆଶିର୍ବାଦ ପ୍ରଦାନ କରିବା ସହ ସେ ବିଚଳିତ ଧରଣୀକୁ ଧାରଣ କରି ଭୂମଣ୍ଡଳକୁ ସ୍ଥିର କରିବା ପାଇଁ ଆଦେଶ ଦେଇଥିଲେ । ସେବେଠାରୁ ଦେବକାର୍ଯ୍ୟ ପାଇଁ ଅନନ୍ତ ନିଜ ମସ୍ତକରେ ଭୂମଣ୍ଡଳକୁ ଧାରଣ କରିଛନ୍ତି । ଯେତେବେଳେ ଅନନ୍ତ ନିଜ ଶିର ଚାଳନ କରନ୍ତି ସେ ସମୟରେ ଭୂମିକମ୍ପ ଆଦି ପିତ୍ପାତ ଘଟେ ବୋଲି ବିଶ୍ୱାସ କରାଯାଏ । ଏହି ଅନନ୍ତଙ୍କୁ କୁଣ୍ଡଳି ଶଯ୍ୟାକରି କ୍ଷୀର ସାଗରରେ ଶ୍ରୀହରି ଯୋଗନିଦ୍ରା ରତ ଥିବା ସର୍ବତ୍ର ବର୍ଣ୍ଣନା କରାଯାଇଛି । ତ୍ରେତୟା ଯୁଗରେ ସୁମିତ୍ରା ନନ୍ଦନ ଲକ୍ଷ୍ମଣଙ୍କୁ ଶେଷନାଗଙ୍କ ଅବତାର ଭାବେ କୁହାଯାଇଥିବା ବେଳେ ଦ୍ୱାପରରେ ବଳଭଦ୍ର ବଳରାମ ଅନନ୍ତ ନାମରେ ପରିଚିତ ।
ଡାଇହାଇଡ୍ରୋଆର୍ଟେମିସିନିନ/ପିପେରାକୁଇନ
ଡାଇହାଇଡ୍ରୋଆର୍ଟେମିସିନିନ/ପିପେରାକୁଇନ ବା ଡିଏଚଏ/ପିପିକ୍ୟୁ (ଇଂରାଜୀ ଭାଷାରେ Dihydroartemisinin/piperaquine/ DHA/PPQ) ଏକ ସ୍ଥିରୀକୃତ ମାତ୍ରାର ଔଷଧ ମିଶ୍ରଣ (fixed dose combination) ଯାହା ଯାହା ମ୍ୟାଲେରିଆ ରୋଗର ଚିକିତ୍ସାରେ ଦିଆଯାଏ । ଏହି ଔଷଧରେ ଡାଇହାଇଡ୍ରୋଆର୍ଟେମିସିନିନ (dihydroartemisinin) ଓ ପିପେରାକୁଇନ (piperaquine) ଔଷଧଦ୍ୱୟ ଥାଏ । ନିର୍ଦ୍ଦିଷ୍ଟ ଭାବରେ ପି ଫାଲସିପାରମ (P. falciparum) ଓ ପି ଭାଇଭାକ୍ସ (P. vivax) ଧରଣର ମ୍ୟାଲେରିଆ ନିମନ୍ତେ ଦିଆଯାଏ । ଏହା ପାଟିରେ ଦିଆଯାଏ ।କ୍ୱଚିତ ଏହି ରୋଗର ପାର୍ଶ୍ୱ ପ୍ରତିକ୍ରିୟା ଦେଖାଯାଏ । କ୍ୟୁଟି ପ୍ରଲୋଙ୍ଗେସନ (QT prolongation) ହେବାର ସମ୍ଭାବନା ରହେ । ପିଲାଙ୍କ ବ୍ୟବହାର ନିମନ୍ତେ ଭିନ୍ନ ଭିନ୍ନ ଧରଣର ସଂସ୍କରଣର ଔଷଧ ମିଳେ । ପ୍ରାକ୍ ଗର୍ଭାବସ୍ଥାରେ ଏହା ଦେବା ବିଧେୟ ନୁହେଁ । ଦୁଇଟ ଔଷଧର କାର୍ଯ୍ୟଧାରା ଭିନ୍ନ ଥାଏ ।ସନ ୨୦୧୧ରେ ୟୁରୋପରେ ଡାକ୍ତରୀ ବ୍ୟବହାର ନିମନ୍ତେ ଏହା ସ୍ୱୀକୃତ ହୋଇଥିଲା । ଏହାର ନାମ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଅତ୍ୟାବଶ୍ୟକୀୟ ଔଷଧ ଚିଠାରେ (World Health Organization's List of Essential Medicines) ଅଛି ଯାହା ମୌଳିକ ସ୍ୱାସ୍ଥ୍ୟ ସିସ୍ଟମ (health system) ନିମନ୍ତେ ଅତି ମହତ୍ତ୍ୱପୂର୍ଣ୍ଣ । ଏକ ସମ୍ପୁର୍ଣ୍ଣ ଔଷଧ କୋର୍ଷର ମୂଲ୍ୟ ୬ ଡଲାରରୁ କମେଇ ୧ ଡଲାର କରିବା ପ୍ରଚେଷ୍ଟା ଜାରିରହିଛି । ଆଫ୍ରିକା ଓ ଏସିଆରେ ଏହା ବ୍ୟବସାୟୀକ ଭିତ୍ତିରେ ମିଳେ । ସନ ୨୦୧୭ରେ ପ୍ରାୟ ୪.୫ ନିୟୁତ ରୋଗୀ ଏହି ଚିକିତ୍ସାରେ ଥିଲେ ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ଵାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ଵ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ଵାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
ଗର୍ଭାବସ୍ଥା, (ଅନ୍ୟ ନାମ ପ୍ରେଗନାନ୍ସି ବା ଗ୍ରାଭିଡିଟି ବା ଜେସ୍ଟାସନ, ଇଂରାଜୀରେ ଯଥାକ୍ରମେ Pregnancy or gravidity or gestation) ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଅପତ୍ୟ (offspring) ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।