ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଭାରତୀୟ ଦଣ୍ଡ ସଂହିତାର ଧାରା ୪୯୭ରେ ବ୍ୟଭିଚାରର ପରିଭାଷା ତଥା ବ୍ୟଭିଚାର ନିମନ୍ତେ ଦଣ୍ଡ ବିଷୟରେ ଉଲ୍ଲେଖ ରହିଅଛି । ଏହି ପରିଭାଷା ଅନୁସାରେ ଜଣେ ପୁରୁଷ ଯଦି ଅନ୍ୟ ସ୍ତ୍ରୀସହ, ଯାହାକୁ ସେ ଅନ୍ୟର ବିବାହିତ ସ୍ତ୍ରୀ ବୋଲି ଜାଣେ, ଉକ୍ତ ପୁରୁଷର ସହମତି ବିନା ସେହି ସ୍ତ୍ରୀର ସହମତିରେ ଯୌନ ସମ୍ଭୋଗ କରେ ତାହା ଆଇନଗତ ଭାବେ ବ୍ୟଭିଚାର ଅପରାଧର ଅନ୍ତର୍ଭୁକ୍ତ ଅଟେ । ବ୍ୟଭିଚାର ଅଭିଯୁକ୍ତ ପୁରୁଷ ପାଇଁ ଦଣ୍ଡର ପ୍ରାବଧାନ ଥିଲେ ବି ବ୍ୟଭିଚାରୀ ସ୍ତ୍ରୀ ପାଇଁ ଦଣ୍ଡର ବ୍ୟବସ୍ଥା ଭାରତୀୟ ଆଇନରେ ନାହିଁ । ତେବେ ହିନ୍ଦୁ ବିବାହ ଅଧିନିୟମ, ୧୯୫୫ର ପ୍ରବଧାନ ଅନୁସାରେ ବ୍ୟଭିଚାର ଭଳି ଅପରାଧରେ ଲିପ୍ତ ଥିବା କାରଣରୁ ପତି କିମ୍ବା ପତ୍ନୀ ନିଜର ଜୀବନ ସାଥୀ ବିରୁଦ୍ଧରେ ବିବାହ ବିଚ୍ଛେଦ ପାଇଁ ମକଦ୍ଦମା କରିପାରିବେ ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ବଲାଙ୍ଗୀର ଜିଲ୍ଲାର ପାଟଣାଗଡ ଉପଖଣ୍ଡ ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ପର୍ବତର ପାଦଦେଶରେ ଥିବା ହରିଶଙ୍କର ଉଭୟ ଶୈବପୀଠ ଓ ପ୍ରାକୃତିକ ସୌନ୍ଦର୍ଯ୍ୟ ପାଇଁ ପ୍ରସିଦ୍ଧ । ଏହାର ଦୂରତା ସଦର ମହକୁମାରୁ ପ୍ରାୟ ୮୦ କି.ମି ହେବ । ଗନ୍ଧମାର୍ଦ୍ଦନ ପର୍ବତର ଉତ୍ତରାଞ୍ଚଳରେ ବରଗଡ଼ ଜିଲ୍ଲାର ପ୍ରସିଦ୍ଧ ନୃସିଂହନାଥ ମନ୍ଦିର ଥିବାବେଳେ ଦକ୍ଷିଣରେ ରହିଛି ହରିଶଙ୍କର । ଏହି ପୀଠରେ ହରି ଓ ଶଙ୍କର ଏକାଠି ପୂଜା ପାଉଥିବାରୁ ଏହି ପୀଠର ସ୍ଵତନ୍ତ୍ରତା ରହିଛି । ହରିଶଙ୍କର ମନ୍ଦିର ଏବଂ ନୃସିଂହନାଥ ମନ୍ଦିର ମଧ୍ୟରେ ଅବସ୍ଥିତ ମାଳଭୂମିରେ ବୌଦ୍ଧ ଧର୍ମାଲମ୍ବୀଙ୍କଦ୍ୱାରା ନିର୍ମାଣ କରାଯାଇଥିବା ଧ୍ୱସ୍ତବିଧ୍ୱସ୍ତ ଏକ ପ୍ରାଚୀନ ପରିମଳଗିରି ବିଶ୍ୱବିଦ୍ୟାଳୟ ରହିଛି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ମାଳତୀ ଚୌଧୁରୀ ୨୬ ଜୁଲାଇ ୧୯୦୪ରେ ଏକ ବ୍ରାହ୍ମ ପରିବାରରେ ବାପା ବାରିଷ୍ଟର କୁମୁଦ ନାଥ ସେନ ଓ ମାଆ ସ୍ନେହଲତା ସେନଙ୍କ ଠାରୁ ଜନ୍ମ ନେଇଥିଲେ । ୨.୫ ବର୍ଷ ବୟସରେ ବାପାଙ୍କୁ ହରାଇ ସେ ମାଆଙ୍କ ଦେଇ ପରିପାଳିତ ହୋଇଥିଲେ । ବିଶ୍ଵକବି ରବିନ୍ଦ୍ରନାଥ ତାଙ୍କୁ ସ୍ନେହରେ ମିନୁ ଓ ଗାନ୍ଧୀଜୀ ତାଙ୍କୁ ତୁଫାନୀ ନାମରେ ଡାକୁଥିଲା ବେଳେ ସେ ଓଡ଼ିଶାବାସୀଙ୍କ ଆଦରଣୀୟ ନୂମା (ନୂଆ ମା) ଭାବେ ପରିଚିତ ଥିଲେ ।
ସ୍କନ୍ଦ ପୁରାଣ, ପୁରାଣ ମାନଙ୍କରେ ସବୁଠାରୁ ବଡ଼ ପୁରାଣ ଅଟେ । ଏହି ପୁରାଣରେ ୮୮୧୦୦ ଶ୍ଲୋକ ଅଛି । ଏହି ପୁରାଣକୁ ସ୍କନ୍ଦ, ଶିବ ଓ ପାର୍ବତୀଙ୍କ ପୁତ୍ର କାର୍ତ୍ତିକେୟ କହିଥିବାରୁ ଏହାର ନାମ ତାଙ୍କ ଅନୁସାରେ ସ୍କନ୍ଦ ଦିଆଯାଇଥିଲା । ଏହା ସାତଟି ଖଣ୍ଡରେ ବିଭକ୍ତ ଅଟେ - ମହେଶ୍ୱର, ବୈଷ୍ଣବ, ବ୍ରହ୍ମା, କାଶୀ, ଅବନ୍ତି, ନଗର ଓ ପ୍ରଭାସ । କାର୍ତ୍ତିକ ଦେବତାଙ୍କ ସେନାକୁ ନିୟନ୍ତ୍ରଣ କରୁଥିଲେ ଓ ତାଡ଼କାସୁରକୁ ମାରିଥିଲେ । ସଂସ୍କୃତ ପୁରାଣମାନଙ୍କ ମଧ୍ୟରୁ କେବଳ ସ୍କନ୍ଦ ପୁରାଣର ଉତ୍କଳ ଖଣ୍ଡ (ବା ପୁରୁଷୋତ୍ତମ କ୍ଷେତ୍ର ମାହାତ୍ମ୍ୟ)ରେ ପୁରୁଷୋତ୍ତମ କ୍ଷେତ୍ର ମାହାତ୍ମ୍ୟର ବିଷୟବସ୍ତୁ ଓ ମହାପ୍ରଭୁ ଜଗନ୍ନାଥ ଚରିତର ତୁଳନାତ୍ମକ ଭାବରେ ବିସ୍ତୃତ ବର୍ଣ୍ଣନା ରହିଛି । ମହର୍ଷି ବ୍ୟାସଦେବ ସ୍କନ୍ଦ ପୁରାଣର ପ୍ରଣେତା ହେଲେ ହେଁ ଉତ୍କଳ ଖଣ୍ଡର ରଚନା ପରବର୍ତ୍ତୀ କାଳରେ ହୋଇଥିବା ଜଣାଯାଏ । ବିଦ୍ୱାନ ଲେଖକ ତଥା ଗବେଷକମାନଙ୍କ ମତକୁ ବିଚାରକୁ ନେଇ ଏହି ଖଣ୍ଡର ରଚନାକାଳ ୮୦୦ରୁ ୧୩୦୦ ଖ୍ରୀଷ୍ଟାବ୍ଦ ମଧ୍ୟରେ ସ୍ଥିର କରାଯାଇପାରେ ।
ଅନ୍ନପୂର୍ଣ୍ଣା ମହାରଣା (୧୯୧୭-୨୦୧୨) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ ଥିଲେ । ସେ ୧୯୧୭ ମସିହା ନଭେମ୍ବର ୩ ତାରିଖରେ କଟକର ବାଖରାବାଦଠାରେ ଜନ୍ମଗ୍ରହଣ କରିଥିଲେ । ସ୍ଵାଧୀନତା ସଂଗ୍ରାମୀ ବାପା ଗୋପବନ୍ଧୁ ଚୌଧୁରୀ ଓ ମା' ରମାଦେବୀ ଚୌଧୁରୀଙ୍କ ସଂଗ୍ରାମମୟ ଜୀବନର ଛିଟାପଡିଥିଲା ତାଙ୍କ ଉପରେ । ତାଙ୍କର ଶ୍ରଦ୍ଧାନାମ ଥିଲା "ଚୁନୁ" । ତେଣୁ ପରବର୍ତ୍ତୀ ସମୟରେ ସେ "ଚୁନୁଅପା" ନାମରେ ବେଶୀ ପରିଚିତ ହେଲେ । ଗୋପବନ୍ଧୁଙ୍କ ସପରିବାର ଗାନ୍ଧୀ-ନୀତି ଗ୍ରହଣ କରିଥିବାରୁ, ଅନ୍ନପୂର୍ଣ୍ଣାଙ୍କ ଉପରେ ପିଲାଦିନରୁ ଏହାର ପ୍ରଭାବ ପଡ଼ିଥିଲା ଓ ଏହି ଆଦର୍ଶରେ ସେ ଆଜୀବନ ବଞ୍ଚିଥିଲେ । ଗୋପବନ୍ଧୁ ନିଜର ସନ୍ତାନଙ୍କୁ ସରକାରୀ ସ୍କୁଲରେ ପଢାଇବାକୁ ଇଚ୍ଛୁକ ନଥିବାରୁ, ଅନ୍ନପୂର୍ଣ୍ଣାଙ୍କ ଶିକ୍ଷା ଘର ମଧ୍ୟରେ ହୋଇଥିଲା ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ଆସାଇଟିସ ବା ଜଳୋଦର (ଇଂରାଜୀ ଭାଷାରେ Ascites) ରୋଗ ନାମ ଦିଆଯାଏ ଯେତେବେଳେ ଉଦର (abdomen) ଭିତରେ ତରଳ ପଦାର୍ଥ (fluid) ଜମିଯାଏ । ପ୍ରାୟ ୨୫ ମି:ଲି:ରୁ ଅଧିକ ତରଳ ପଦାର୍ଥ ପେରିଟୋନିଆଲ କାଭିଟିରେ ରହିଲେ ଏହି ରୋଗ ଜଣାଯାଏ । ଉଦର ଆକାର ବୃଦ୍ଧି, ଓଜନ ବୃଦ୍ଧି, ଉଦର ବେଆରାମ ଓ ଅଣନିଶ୍ୱାସୀ (shortness of breath) ଆଦି ଲକ୍ଷଣ ଦେଖାଯାଏ । ରୋଗ ଜଟିଳ ହେଲେ ସ୍ପୋଣ୍ଟାନିଅସ ବ୍ୟାକ୍ଟେରିଆଲ ପେରିଟୋନାଇଟିସ (Spontaneous bacterial peritonitis) ହୋଇପାରେ ।ବିକଶିତ ଦେଶମାନଙ୍କରେ (developed world) ଏହି ରୋଗର ମୂଖ୍ୟ କାରଣ (Liver cirrhosis) ଥାଏ । ଅନ୍ୟାନ୍ୟ କାରଣମାନଙ୍କ ମଧ୍ୟରେ କର୍କଟ ରୋଗ, ହୃଦ୍ପାତ, ଯକ୍ଷ୍ମା, ପାଙ୍କ୍ରିଆଟାଇଟିସ (pancreatitis), ବଡ୍-ଚିଆରି ସିଣ୍ଡ୍ରୋମ (blockage of the hepatic vein) ହୋଇପାରେ । ସିରୋସିସ୍ ରୋଗରେ ପୋର୍ଟାଲ ହାଇପରଟେନସନ (high blood pressure in the portal system) ଓ ରକ୍ତନଳୀର (blood vessels) କାର୍ଯ୍ୟ ଠିକ ସମ୍ପାଦନ ନହେଉଥିବାରୁ ଏହି ରୋଗ ହୁଏ । ଶାରୀରିକ ପରୀକ୍ଷା (Physical exam), ଅଲଟ୍ରାସାଉଣ୍ଡ (ultrasound), ସିଟି ସ୍କାନ (CT scan) ସାହାଯ୍ୟରେ ରୋଗ ନିର୍ଣ୍ଣୟ କରାଯାଏ । ଉଦର ମଧ୍ୟସ୍ଥ ତରଳ ପଦାର୍ଥ ପରୀକ୍ଷା କରି କାରଣ ନିର୍ଣ୍ଣୟ କରାଯାଇପାରେ ।ସ୍ୱଳ୍ପ ଲବଣଯୁକ୍ତ ଖାଦ୍ୟ (Low salt diet), ଔଷଧ, ପାରାସେଣ୍ଟେସିସ draining the fluid ସାହାଯ୍ୟରେ ଏହି ରୋଗର ଚିକିତ୍ସା କରାଯାଏ । ଟ୍ରାନ୍ସଜୁଗୁଲାର ଇଣ୍ଟ୍ରାହେପାଟିକ ପୋର୍ଟୋସିସ୍ଟେମିକ ସଣ୍ଟ (transjugular intrahepatic portosystemic shunt ବା TIPS) ଦିଆଯାଇପରେ କିନ୍ତୁ ଏହାର ଜଟିଳତା ଅଛି । ଅନ୍ତର୍ନିହିତ କାରଣ ଯକୃତ ଥିଲେ ଯକୃତ ଟ୍ରାନ୍ସପ୍ଲାଣ୍ଟ (liver transplant) କରାଯାଇପାରେ । ସିରୋସିସ୍ ରୋଗୀଙ୍କ ମଧ୍ୟରୁ ଦଶ ବର୍ଷ ମଧ୍ୟରେ ପ୍ରାୟ ୫୦% ରୋଗୀଙ୍କର ଆସାଇଟିସ ହୁଏ । ଏହି ରୋଗୀଙ୍କ ମଧ୍ୟରୁ ୩ ବର୍ଷ ମଧ୍ୟରେ ଅଧା ରୋଗୀ ମୃତ୍ୟୁ ବରଣ କରନ୍ତି । ଆସାଇଟିସ ଶବ୍ଦଟି ପୁରାତନ ଗ୍ରୀକ (Greek) ଶବ୍ଦ ଆସକାଇଟେସ (askítes) ଶବ୍ଦରୁ ନିଆଯାଇଛି ଯାହାର ଅର୍ଥ "ମୁଣା ଭଳି" ।
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ଵାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ପଶ୍ଚିମ ଓଡ଼ିଶା ( ଇଂରାଜୀ : Western Odisha ) ଓଡ଼ିଶାର କଳାହାଣ୍ଡି ଜିଲ୍ଲାରୁ ଆରମ୍ଭ କରି ସୁନ୍ଦରଗଡ଼ ଜିଲ୍ଲା ପର୍ଯ୍ୟନ୍ତ ପରିବ୍ୟାପ୍ତ ଭୂଖଣ୍ଡକୁ ପଶ୍ଚିମ ଓଡ଼ିଶା କୁହା ଯାଏ । ଏହି ଅଞ୍ଚଳ ଭିତରେ ସମ୍ବଲପୁର ଜିଲ୍ଲା, ବଲାଙ୍ଗୀର , ବରଗଡ଼, ଦେବଗଡ଼ , ଝାରସୁଗୁଡା , କଳାହାଣ୍ଡି , ବୌଦ, ସୁନ୍ଦରଗଡ଼ ନୂଆପଡ଼ା ,ସୁବର୍ଣ୍ଣପୁର ଜିଲ୍ଲା ( ସୋନପୁର) ଜିଲ୍ଲା ସମୂହ ସହ ଅନୁଗୁଳ ଜିଲ୍ଲାର ଆଠମଲ୍ଲିକ ସବ ଡିଭିଜନ ଅନ୍ତର୍ଭୁକ୍ତ । ଏହାକୁ କୋଶଳ ଅଞ୍ଚଳ ବୋଲି କହାଯାଏ । ପଞ୍ଚମ ଶତାବ୍ଦୀ ପୂର୍ବରୁ ଏହି ଅଞ୍ଚଳ ଦକ୍ଷିଣ କୋଶଳ ନାମରେ ପରିଚିତ ଥିଲା ଏବଂ ଏହା ଏକ ବିଶାଳ ଭୌଗୋଳିକ ଅଞ୍ଚଳ ଥିଲା । ଏହା କୃଷିପ୍ରଧାନ ଅଞ୍ଚଳ ଭାବରେ ଏକ ସାଂସ୍କୃତିକ ସମନ୍ନ୍ୟୟ ପୂର୍ଣ ଅଞ୍ଚଳ ଥିଲା । ଏବେ କଳାହାଣ୍ଡି , କୋରାପୁଟ ଓ ବଲାଙ୍ଗିର ମରୁଡ଼ି ପ୍ରବଣ ଜିଲ୍ଲା ଭାବେ KBK ନାମରେ ଚିହ୍ନିତ ହେଇ ଅନେକ ବର୍ଷ ହେଲା କେନ୍ଦ୍ର ତଥା ରାଜ୍ୟ ସରକାରଙ୍କଦ୍ଵାରା ସ୍ଵତନ୍ତ୍ର ସାହାଯ୍ୟ ପ୍ରାପ୍ତ ହେଇଥିଲେ ମଧ୍ୟ ଖୁବ ଦରିଦ୍ର ଓ ଅନା ଟନ ଭିତରେ ଏହାର ଅଧିକାଂଶ ଅଧିବାସୀ ରହିଛନ୍ତି । ପୁଣି ପୁରା ପଶ୍ଚିମ ଓଡ଼ିଶାର ବିକାଶ ପାଇଁ ରାଜ୍ୟ ସରକାର ସ୍ଵତନ୍ତ୍ର 'ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ' ( WODC ) ଗଠନ କରିଛନ୍ତି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ପଞ୍ଚଲିଙ୍ଗେଶ୍ଵର ଶିବ ମନ୍ଦିର ଓଡ଼ିଶାର ବାଲେଶ୍ଵର ଜିଲାର ନୀଳଗିରି ପାଖରେ ଥିବା ପଞ୍ଚଲିଙ୍ଗେଶ୍ଵରରେ ଅବସ୍ଥିତ । ଏହି ଲିଙ୍ଗଗୁଡ଼ିକର ଦର୍ଶନ କରିବା ପାଇଁ ଜଣକୁ ପାହାଡ଼଼ି ଚଟାଣ ଭିତରେ ବହିଯାଇଥିବା ଝରଣା ପାଣି ଦେଇ ହାତରେ ଛୁଇଁ ଜାଣିବାକୁ ପଡ଼ିବ । ଏଠାରେ ପାହାଡ଼଼ୀ ଝରଣା ଭିତରେ ପାଞ୍ଚୋଟି ଶିବଲିଙ୍ଗ ପୂଜାପାଉଛନ୍ତି ଯାହାଙ୍କ ନାମ ଅନୁସାରେ ଏହି ଜାଗାର ନାମ ପଞ୍ଚଲିଙ୍ଗେଶ୍ଵର ହୋଇଅଛି ।ବାଲେଶ୍ୱର ସମୁଦ୍ର ଉପକୂଳରେ ବଙ୍ଗୋପସାଗରର ବେଳାଭୂମିକୁ ସାମନ୍ତରାଳଭାବରେ କୁପାରୀ ଠାରୁ ନୀଳଗିରି ପର୍ଯ୍ୟନ୍ତ ପୂର୍ବଘାଟ ପର୍ବତମାଳା ଲମ୍ବିଆସିଛି । ୧୦୦୦ ଫୁଟ ଛୋଟ ଛୋଟ ପାହାଡ଼ "ଦେବଗିରି" ପର୍ବତମାଳାର ପଞ୍ଚେଲିଙ୍ଗେଶ୍ୱର ଏକ ଅଂଶ ବିଶେଷ । ଏହି ଶୈବପୀଠର ପାଦଦେଶରେ ଝରଣାଟିଏ ବହିଯାଇଛି । ଏହି ଜଳସ୍ରୋତ ମଧ୍ୟରେ ଅଦୃଶ୍ୟ ପାଞ୍ଚଗୋଟି ଲିଙ୍ଗ ହେଉଛନ୍ତି ପଞ୍ଚେଲିଙ୍ଗେଶ୍ୱର ପୀଠ । ଭକ୍ତମାନେ ଜଳସ୍ରୋତ ମଧ୍ୟରେ ପଞ୍ଚେଲିଙ୍ଗେଶ୍ୱରଙ୍କୁ ଦର୍ଶନ କରି ପୂଜାକରନ୍ତି । ପ୍ରସ୍ତର ଉପରେ ବସି ପୁଜକ ଶିବଲିଙ୍ଗ ପୂଜା କରିଥାନ୍ତି । ରାଜ୍ୟ ପର୍ଯ୍ୟଟନ ତରଫରୁ ଯାତ୍ରୀନିବାସର ଆନୁସାଙ୍ଗିକ ବ୍ୟବସ୍ଥା ମଧ୍ୟ ରହିଛି । ସରସ୍ୱତୀ ପୂଜା ସମୟରେ ପାଞ୍ଚ ଦିନ ବ୍ୟାପୀ ମେଳା ହୁଏ । ବହୁ ଲୋକ ଏଠାକୁ ଆସି ଦେବଦର୍ଶନ କରିଥାନ୍ତି ଓ ମନୋହାରୀ ଜିନିଷ କିଣିଥାନ୍ତି । ଦେବଗିରି ପର୍ବତର ଶିଖର ଦେଶରେ ମଣ୍ଡଳେଶ୍ୱରୀ ଦେବୀସ୍ଥାନ ରହିନ୍ତି । ଏହାଙ୍କୁ ବର୍ଷାଦେବୀ ମଧ୍ୟ କହାଯାଏ । ବର୍ଷା ନହେଲେ ଦେବୀଙ୍କୁ ପୂଜାକଲେ ବର୍ଷା ହୋଇଥାଏ ବୋଲି ଲୋକବିଶ୍ୱାସ ରହିଛି । ଦେବଗିରି ପର୍ବତମାଳା ପରିବେଷ୍ଟିତ ପର୍ବତର ଶୀର୍ଷଦେଶରୁ ମଙ୍ଗଳପୁର ପ୍ରାଚୀନ ପଥ ଓ ଦୁର୍ଗପର୍ଯ୍ୟନ୍ତ ଏକ ସୁଡ଼ଙ୍ଗ ରହିଛି । ଜନଶୃତି ଅଛି ଯେ ପଞ୍ଚଲିଙ୍ଗେଶ୍ୱର ପାହାଡ଼ର ପାଦଦେଶରୁ ଏହି ସୁଡଙ୍ଗ ରହିଛି ।
ଝାନସୀର ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ଵାଧୀନତା ସଂଗ୍ରାମର ଜଣେ ନାୟିକା । ସ୍ଵଦେଶ ଓ ସ୍ଵଜାତିକୁ ପରାଧୀନତାର ଶକ୍ତ ବନ୍ଧନରୁ ମୁକ୍ତ କରିବା ପାଇଁ ଯେଉଁ ନାରୀମାନେ ଆଗକୁ ମାଡି ଆସିଥିଲେ ସେମାନଙ୍କ ମଧ୍ୟରେ ଲକ୍ଷ୍ମୀବାଈ ଅଗ୍ରଗଣ୍ୟା। ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗ ଚାଳନା, ଅଶ୍ଵାରୋହଣ, ବିଭିନ୍ନ୍ ପ୍ରକାର ଶାରୀରିକ ବ୍ୟାୟମ,ଦୁର୍ଦ୍ଦାନ୍ତ ହସ୍ତୀ ମାନଙ୍କୁ ଆୟତ କରିବା ଆଦି ପୁରୁଷ ସୁଲଭ କଳାରେ ସେ ପାରଙ୍ଗମ ଥିଲେ।
ଜଳୋଦର ଉଦରରେ ଅସ୍ଵାଭାବିକ ଭାବେ ତରଳ ରକ୍ତଲସାର ବୃଦ୍ଧି ହୋଇ ହେଉଥିବା ଏକ ରୋଗ । ୨୫ ଲିଟରରୁ ଅଧିକ ତରଳ ପଦାର୍ଥ ଏହି ସମୟରେ ଉଦାର ଗହ୍ୱରରେ ଜମା ହେବାର ଦୃଷ୍ଟାନ୍ତ ରହିଛି । ଏହି ରୋଗ ହେଲେ ଉଦରର ଆକାରବୃଦ୍ଧି, ଓଜନ ବୃଦ୍ଧି, ଉଦର ଯନ୍ତ୍ରଣା, ନିଶ୍ୱାସପ୍ରଶ୍ୱାସରେ ଅସୁବିଧା ଆଦି ଲକ୍ଷଣମାନ ଦେଖାଯାଏ । ଜଳୋଦର କାରଣରୁ ସ୍ଵତଃସ୍ଫୁର୍ତ୍ତ ଜୀବାଣୁ ପେରିଟୋନାଇଟିସ ଭଳି ଜଟିଳତା ମଧ୍ୟ ଦେଖାଯାଏ ।ଜଳୋଦରର ପ୍ରମୁଖ କାରଣ ହେଉଛି ଯକୃତ ସିରୋସିସ୍ । ଅନ୍ୟ କାରଣଗୁଡ଼ିକ ହେଉଛନ୍ତି କର୍କଟ, ହୃଦ୍ପାତ, ଯକ୍ଷ୍ମା, ଅଗ୍ନାଶୟ ପ୍ରଦାହ ଏବଂ ଯକୃତ ସମ୍ବନ୍ଧୀୟ ଶିରାମାନଙ୍କରେ ରକ୍ତ ଜମାଟ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଓଡ଼ିଶାର ସାମୁଦ୍ରିକ ବାଣିଜ୍ୟର ଇତିହାସ
ଓଡ଼ିଶା ପ୍ରଚୀନ ସମୟରେ କଳିଙ୍ଗ ନାମରେ ଜଣାଶୁଣା ଥିଲା । କଳିଙ୍ଗବାସୀଙ୍କର ସାମୁଦ୍ରିକ ବାଣିଜ୍ୟ ଖ୍ରୀଷ୍ଟପୂର୍ବ ୩୫୦ ପୂର୍ବରୁ ଆରମ୍ଭ ହୋଇସାରିଥିଲା ବୋଲି କେତେକ ପ୍ରାଚୀନ ସୂତ୍ରରୁ ଜଣାପଡେ । ଏହି ଅଞ୍ଚଳର ବ୍ୟବସାୟୀ/ସାଧବମାନେ ବଙ୍ଗୋପସାଗର ପାରକରି ଦକ୍ଷିଣ-ପୂର୍ବ ଏସିଆ ଓ ଚୀନ ସହିତ ବ୍ୟବସାୟିକ ସମ୍ବନ୍ଧ ସ୍ଥାପନ କରି ପାରିଥିଲେ । ଦକ୍ଷିଣ-ପୂର୍ବ ଏସିଆର ଅନେକ ସ୍ଥାନରେ କଳିଙ୍ଗର ସଂସ୍କୃତିର ଛାପ ଦେଖିବାକୁ ମିଳେ । ଖ୍ରୀଷ୍ଟାବ୍ଦ ଷଷ୍ଠ ଶତାବ୍ଦୀରେ ରଚିତ ମଞ୍ଜୁଶ୍ରୀମୂଳକଳ୍ପରେ ବଙ୍ଗୋପସାଗରକୁ “କଳିଙ୍ଗ ସାଗର” ବୋଲି କୁହାଯାଇଛି । ଏହା ସେହି ସମୟର ସାମୁଦ୍ରିକ ବାଣିଜ୍ୟରେ କଳିଙ୍ଗର ଏକଛତ୍ର ପ୍ରଭାବର ସୂଚନା ଦିଏ । ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ପାଳିତ ହେଉଥିବା ବାଲି ଯାତ୍ରା, ବୋଇତ ବନ୍ଦାଣ ଏହି ମହାନ ଇତିହାସର ଜୀବନ୍ତ ସାକ୍ଷୀ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ସୁନାମି (ଇଂରାଜୀ: tsunami; ଏହା ଜାପାନୀ: 津波ରୁ ଆସିଛି("ତ୍ସୁନାମି"ବୋଲି ଉଚ୍ଚାରଣ କରାଯାଏ ) ; ଅର୍ଥ: "ପୋତାଶ୍ରୟରେ ଉଠୁଥିବା ଢେଉ (harbor wave)") ହେଉଛି କ୍ରମାନ୍ଵୟରେ ଆସୁଥିବା ଜଳ-ତରଙ୍ଗ, ଯାହାକି ମୁଖ୍ୟତଃ ହ୍ରଦ କିମ୍ବା ସମୁଦ୍ରରେ ବିଶାଳ ଜଳରାଶିର ସ୍ଥାନାନ୍ତରଣ ଯୋଗୁଁ ହୋଇଥାଏ । ଭୂମିକମ୍ପ, ଅଗ୍ନି ଉଦ୍ଗିରଣ, ଓ ପାଣି ଭିତରେ ହେଉଥିବା ଅନ୍ୟ ବିସ୍ଫୋରଣ, ଭୂ-ସ୍ଖଳନ, ଉଲକାପାତ ଏବଂ ଜଳସ୍ଥର ତଳେ କିମ୍ବା ଉପରେ ହେଉଥିବା ଯେକୌଣସି ଅସ୍ଥିରତା ଯୋଗୁଁ ହିଁ ସୁନାମି ସୃଷ୍ଟି ହୋଇଥାଏ ।ସୁନାମି ସାଧାରଣ ସାମୁଦ୍ରିକ ଢେଉ ନୁହେଁ, କାରଣ ଏହାର "ତରଙ୍ଗ ଦୈର୍ଘ୍ୟ" ବହୁତ ଲମ୍ବା ହୋଇଥାଏ । ଏହା ସାଧାରଣ ଢେଉ ଭାଙ୍ଗିବା ପରି ଦେଖା ନ ଯାଇ ବରଂ କ୍ଷିପ୍ର ଗତିରେ ଉଠୁଥିବା ଜୁଆର ପରି ଦେଖାଯାଏ, ଏଣୁ ଏହାକୁ ଇଂରାଜୀରେ tidal waves କହନ୍ତି । ସୁନାମି ସାଧାରଣତଃ ତରଙ୍ଗ ଶୃଙ୍ଖଳକୁ ନେଇ ତିଆରି ହୋଇଥାଏ ଓ ଏହାର ଆବର୍ତ୍ତିକାଳ ଗୋଟିଏ ମିନିଟରୁ ଗୋଟିଏ ଘଣ୍ଟା ପର୍ଯ୍ୟନ୍ତ ହୋଇପାରେ । (ଇଂରାଜୀରେ ଏହାକୁ wave train କୁହାଯାଏ) ସୁନାମିର ପ୍ରଭାବ ଉପକୂଳବର୍ତ୍ତୀ ଅଞ୍ଚଳ ଗୁଡିକ ମଧ୍ୟରେ ସୀମିତ ଥିଲେ ହେଁ ସେମାନଙ୍କର ଧ୍ଵଂସକାରୀ ଶକ୍ତି ବହୁତ ଅଧିକ ହୋଇଥାଏ ଓ ଏହା ସଂପୂର୍ଣ୍ଣ ମହାସାଗର ତଳକୁ ପ୍ରଭାବିତ କରିପାରେ । ୨୦୦୪ ଭାରତ ମହାସାଗରରେ ହୋଇଥିବା ସୁନାମି, ମାନବ ଇତିହାସରେ ସବୁଠାରୁ ଧ୍ଵଂସକାରୀ ପ୍ରକୃତିକ ବିପର୍ଜୟ ଥିଲା । ଏଥିରେ ଭାରତ ମହାସାଗରରେ ଥିବା ୧୪ଟି ଦେଶରେ ୨୩୦,୦୦୦ରୁ ଊର୍ଦ୍ଧ୍ଵ ଲୋକଙ୍କର ପ୍ରାଣହାନୀ ହୋଇଥିଲା । ଖ୍ରୀ.ପୂ.
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ବାଲୁଙ୍କେଶ୍ୱର ମନ୍ଦିର ଓଡ଼ିଶାର ଯାଜପୁର ଜିଲ୍ଲାର ଥିବା କଷବା-ଷାଠିବାଟିରେ ଅବସ୍ଥିତ ଏକ ପୁରାତନ ଶିବ ମନ୍ଦିର । ଏଠାରେ ବାଲୁଙ୍କେଶ୍ୱର ପୂଜା ପାଇଥାନ୍ତି । ଆଗରୁ କଷବା ଓ ଷାଠିବାଟିରେ ବହୁଥିବା ଜୁଣେଇ ନଦୀର ଶୁଖିଲା ଶଯ୍ୟାରେ ଏହି ମନ୍ଦିରଟି ସ୍ଥାପନ ହୋଇଥିଲା । ଏହା ଏକାଦଶ ଶତାବ୍ଦୀରେ ସ୍ଥାପିତ ହୋଇଥିଲା । ଯାଜପୁରର କଇଆଁଗୋଲା ରାସ୍ତାର ମଙ୍ଗଳପୁରଠାରୁ ବଡକୁଆଁଲ ରାସ୍ତାରେ ୧.୫ କି.ମି.ଗଲେ ଥାଲକୁଡ଼ି ପଞ୍ଚାୟତର କଷବା ଏବଂ ପାଲଟପୁର ପଞ୍ଚାୟତର ଷାଠିବାଟିରେ ବାଲୁଙ୍କେଶ୍ୱର ମନ୍ଦିର ରହିଛି ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ଵବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ଵତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ଦୁର୍ଗା ପୂଜା ହିନ୍ଦୁଧର୍ମାବଲମ୍ବୀମାନଙ୍କର ତଥା ଓଡ଼ିଶାର ଏକ ପ୍ରମୁଖ ପର୍ବ । ଏହି ପର୍ବର ଶେଷ ଦିନଟିକୁ ଦଶହରା ବା ବିଜୟା ଦଶମୀ ନାମରେ ପରିଚିତ । ଦୁର୍ଗା ପୂଜା ଶକ୍ତି ଉପାସନାର ପର୍ବ । ଏହା ବିଭିନ୍ନ କୁଳାଚାର ମତେ ଷୋଳଦିନ, ନଅଦିନ ବା ତିନିଦିନ ଧରି ପାଳିତ ହୁଏ । ମୁଖ୍ୟତଃ ଶରତ ଋତୁର ଆଶ୍ଵିନ ଶୁକ୍ଲପକ୍ଷ ପ୍ରତିପଦ ଠାରୁ ନବମୀ ବିଶେଷଭାବେ ଦେବୀଙ୍କ ପୂଜନର ପ୍ରକୃଷ୍ଟ ସମୟ ହୋଇଥିଲେ ହେଁ ଚୈତ୍ର ଶୁକ୍ଲ ପକ୍ଷରେ ମଧ୍ୟ ଏହା ବାସନ୍ତୀ ନବରାତ୍ର ରୂପେ ପାଳନ କରାଯାଇଥାଏ । ଦେବୀ ପୁରାଣ ଓ କାଳିକା ପୁରାଣରେ ଦୁର୍ଗାପୂଜାକୁ ଶାରଦୀୟ ପାର୍ବଣ କୁହାଯାଉଥିବା ବେଳେ ମାର୍କଣ୍ଡେୟ ପୁରାଣରେ ବାର୍ଷିକୀ ଶାରଦ ପୂଜନ କୁହାଯାଏ । ଦେବୀ ଦୁର୍ଗା ଦୁଃଖନାଶିନୀ।ନବରାତ୍ରୀରେ ଦୁର୍ଗାଙ୍କୁ ଶ୍ରଦ୍ଧାର ସହ ପୂଜା କଲେ ଉପାସକ ନବଶକ୍ତି ପ୍ରାପ୍ତ ହେଇଥାନ୍ତି । ଶାରଦୀୟ ନବରାତ୍ରୀ କାଳରେ ବ୍ରହ୍ମାଣ୍ଡର ସମସ୍ତ ଗ୍ରହ ସକ୍ରିୟ ଥିବାରୁ ଶକ୍ତି ଉପାସକଙ୍କର କୈଣସି ଅନିଷ୍ଟ ହୁଏନାହିଁ । ଦୁର୍ଗାଙ୍କର ଏହି ନବଶକ୍ତି ଜାଗ୍ରତ କରିବା ପାଇଁ ନବାର୍ଣ୍ଣ ବା ନବାକ୍ଷରୀ ମନ୍ତ୍ର ଜପ କରିବା ପାଇଁ ପରାମର୍ଶ ଦିଆଯାଇଛି । ନବର ଅର୍ଥ ନଅ ଓ ଅର୍ଣର ଅର୍ଥ ଅକ୍ଷର । ନବାର୍ଣ୍ଣ ମନ୍ତ୍ରଟି ହେଉଛି - ଐଂ ହ୍ଲୀଂ କ୍ଲୀଂ ଚାମୁଣ୍ଡାୟୈ ବିଚ୍ଚେ।ଏହି ମନ୍ତ୍ରର ପ୍ରତ୍ୟେକ ଅକ୍ଷର ଦୁର୍ଗାଙ୍କ ଗୋଟିଏ ଗୋଟିଏ ଶକ୍ତିର ପରିଚାୟକ ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ବାମାପଦ ତ୍ରିପାଠୀ ଏବେ ସମାଜର ସମ୍ପାଦକ ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
୧୯୨୨ ଖ୍ରୀଷ୍ଟାବ୍ଦରେ ସିନ୍ଧୁନଦୀର ଉପତ୍ୟକାରେ ପଶ୍ଚିମ ପଞ୍ଚାବସ୍ଥିତ ମୋଣ୍ଟେଗୋମେରୀ ଜିଲ୍ଲାର ହରପ୍ପାଠାରେ ଗୋଟିଏ ପ୍ରାଚୀନ ନଗରୀର ଧ୍ବସାବଶେଷ ଆବିଷ୍କାର ଫଳରେ ଭାରତ ଇତିହାସରେ ଏକ ଗୁରୁତ୍ବପୂଣ୍ଣର୍ ଅଧ୍ୟାଯ ଉନ୍ମୋଚିତ ହୋଇପାରିଛି। ଏହି ନଗରୀଟି ଥିଲା ଏକ ମହନୀୟ ସଭ୍ୟତାର ପୀଠସ୍ଥଳୀ। ଠିକ୍ ସେହିପରି ଏଚ ସଂସ୍କୃତି ମହେଞ୍ଜୋଦାରୋଠାରେ ଆବିଷ୍କୃତ ହୋଇଥିଲା। ଏହି ହରପ୍ପା ସଂସ୍କୃତି ସିନ୍ଧୁ ଓ ସରସ୍ବତୀ ନଦୀ ଦ୍ବୟ ମଧ୍ୟରେ ହୋଇଥିଲା।
ଓଡ଼ିଶାରେ ବିଭିନ୍ନ ସମୟରେ ଓଡ଼ିଆ ଭାଷା ପାଇଁ ହୋଇଥିବା ଆନ୍ଦୋଳନ ସାମୁହିକ ଭାବେ ଓଡ଼ିଆ ଭାଷା ଆନ୍ଦୋଳନ ଭାବେ ଜଣା । ଅାଧୁନିକ ଇତିହାସରେ ଏହା ପ୍ରଥମେ ୧୮୬୬ ବ୍ରିଟିଶ ଶାସନ କାଳରେ ଆରମ୍ଭ ହୋଇ ୧୯୦୩ ମସିହାରେ ବିଶାଳ ଆନ୍ଦୋଳନର ରୂପ ନେଇଥିଲା ଯାହାର ପରିଣତି ସ୍ୱରୂପ ୧୯୩୬ ମସିହାରେ ଭାଷା ଭିତ୍ତିରେ ଭାରତର ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ଗଠିତ ହୋଇଥିଲା ।୧୯୫୪ ଓଡ଼ିଶା ରାଜଭାଷା ଆଇନ ଅନୁସାରେ ଓଡ଼ିଶାରେ ଓଡ଼ିଆ ରାଜଭାଷା ଭାବେ ବ୍ୟବହାର ହେବାର ନିୟମ ଗୃହୀତ ହୋଇଥିଲା। ୧୯୫୪ ମସିହାରେ ଓଡ଼ିଶା ବିଧାନ ସଭାରେ ପ୍ରଣୀତ ହେବା ପରେ ୧୯୬୬, ୧୯୬୮, ୧୯୮୫, ୧୯୯୫ ଓ ୨୦୧୨ ମସିହାର ଏହି ଆଇନକୁ କାର୍ଯ୍ୟକାରୀ କରିବା ନିମନ୍ତେ କିଛି ଆଦେଶନାମା ଜାରି ହୋଇଥିଲା। ୧୯୮୫ ଓ ୧୯୯୫ ମସିହାର ତତ୍କାଳୀନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକ ଏହା କାର୍ଯ୍ୟକାରୀ କରିବାକୁ ଉଦ୍ୟମ କରିଥିଲେ। । ପରେ ଓଡ଼ିଆ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଓ ଛତିଶଗଡ଼ରେ ଦ୍ୱିତୀୟ ରାଜଭାଷାର ସ୍ଵୀକୃତି ପାଇବା ପରେ ଓଡ଼ିଆ ଭାଷା ଓଡ଼ିଶାର ବିଚ୍ଛିନ୍ନାଞ୍ଚଳରେ ଶିକ୍ଷା, ଅାଇନ ଓ ଶାସନର ଭାଷା ହେବାର ସୁଯୋଗ ମିଳିଲା ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
ଭାରତର ସ୍ଵାଧୀନତା ସଂଗ୍ରାମ ଅନ୍ୟତମ ପ୍ରମୁଖ ଘଟଣା "ଲବଣ ସତ୍ୟାଗ୍ରହ " ୧୯୩୦ ମସିହା ମାର୍ଚ୍ଚ ୧୨ ତାରିଖରେ ଗୁଜରାଟ ରାଜ୍ୟର ସମୁଦ୍ର ତଟବର୍ତ୍ତୀ ଗ୍ରାମ ଦାଣ୍ଡୀକୁ ପଦଯାତ୍ରା ସହ ଆରମ୍ଭ ହେଇଥିଲା | ଏହା ପରାଧୀନ ଭାରତରେ ବ୍ରିଟିଶ୍ ସରକାରଙ୍କ ଲବଣ ବ୍ୟବସାୟରେ ଏକଚାଟିଆ ଆଧିପତ୍ୟ ଓ ଲବଣ ଉପରେ ଅତ୍ୟଧିକ ଟିକସ ବିପକ୍ଷରେ ଏକ ଶକ୍ତିଶାଳୀ ଅହିଂସାପୂର୍ଣ ଆନ୍ଦୋଳନ ଥିଲା |ମୋହନଦାସ କରମଚାନ୍ଦ ଗାନ୍ଧୀ (ମହାତ୍ମା ଗାନ୍ଧୀ) ଏହି ଆନ୍ଦୋଳନର ଆରମ୍ଭ କରି ମାର୍ଚ୍ଚ୧୨ ତାରିଖ ସକାଳ ୬:୩୦ରେ ୭୮ ଜଣ ଅନୁଗାମୀଙ୍କ ସହ ପ୍ରାୟ ୨୪୧ ମାଇଲ୍ (୩୯୦ କି.ମି.) ଦୂରରେ ଅବସ୍ଥିତ ଦାଣ୍ଡୀକୁ ଯାତ୍ରା ଆରମ୍ଭ କରିଥିଲେ | ୨୪ ଦିନ ଧରି ଚାଲିଥିବା ଏହି ପଦଯାତ୍ରାରେ କ୍ରମେ ସହସ୍ରାଧିକ ଦେଶବାସୀ ଗାନ୍ଧିଜୀଙ୍କ ସହ ଯୋଗ ଦେଇଥିଲେ |
ଭାରତର ସ୍ଵାଧୀନତା ଦିବସ ଏକ ଭାରତୀୟ ଜାତୀୟ ଦିବସ ଅଟେ । ୧୯୪୭ ମସିହାରେ ଭାରତ ଫିରିଙ୍ଗି ଶାସନରୁ ମୁକ୍ତ ହୋଇ ସ୍ଵତନ୍ତ୍ର ଗଣରାଜ୍ୟରେ ପରିଣତ ହୋଇଥିଲା । ତେଣୁ ଏହି ଦିନକୁ ମନେପକାଇବା ପାଇଁ ପ୍ରତିବର୍ଷ ପନ୍ଦର ଅଗଷ୍ଟକୁ ଭାରତର ସ୍ୱାଧୀନତା ଦିବସ ଭାବରେ ପାଳନ କରାଯାଇଥାଏ । ଏହା ଭାରତର ଏକ ପ୍ରଧାନ ଜାତୀୟ ଦିବସ । ଦେଶ ସାରା, ଏହି ଦିନ ପତାକା ଉତ୍ତୋଳନ କରଯାଇଥାଏ ଓ ଉତ୍ସବମାନ ଅୟୋଜନ କରାଯାଇଥାଏ । ରାଜଧାନୀ ଦିଲ୍ଲୀରେ ଏହି ଦିନ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କ ନିମନ୍ତେ ଜାତୀୟ ପତାକା ଉତ୍ତୋଳନ କରି ଅଭିଭାଷଣ ଦେଇଥାନ୍ତି ଯାହା ଦେଶସାରା ଟି.ଭି.ରେ ଦେଖାଯାଇଥାଏ । ଏହି ଅଭିଭାଷଣରେ ସେ ଦେଶର ପ୍ରଗତି, ଅସୁବିଧା ଓ ତାହାର ସମାଧାନ ଓ ଆଗକୁ ହେବାକୁ ଥିବା ଉନ୍ନତି ଆଦି ବିଷୟରେ ବଖାଣିଥାନ୍ତି । ଭାରତୀୟ ସ୍ଵାଧୀନତା ସଂଗ୍ରାମ ଓ ସଂଗ୍ରାମୀମାନଙ୍କ ଉପରେ ମଧ୍ୟ ସେ ଅଭିଭାଷଣ ରଖିଥାନ୍ତି ।
ହୃଦ୍ରୋଧ (ଇଂରାଜୀ ଭାଷାରେ Cardiac arrest) ରୋଗରେ ହୃତ୍ପିଣ୍ଡ ସଙ୍କୋଚନ ହଠାତ୍ ବନ୍ଦ ହେବାରୁ ରକ୍ତ ସରବରାହ ବନ୍ଦ ହୋଇଯାଏ । ମୂର୍ଚ୍ଛା ଓ ଅସାଧାରଣ ଶ୍ୱାସକ୍ରିୟା ବା ଆଦୌ ଶ୍ୱାସକ୍ରିୟା ନ ହେବା ଆଦି ଲକ୍ଷଣ ଦେଖାଯାଏ । କେତେକ ଲୋକଙ୍କର ଛାତି ଯନ୍ତ୍ରଣା (chest pain), ଛୋଟ ଶ୍ୱାସକ୍ରିୟା (shortness of breath), ଅଇ (nausea) ଇତ୍ୟାଦି ଲକ୍ଷଣ ହୃଦ୍ରୋଧ ହେବା ପୂର୍ବରୁ ଦେଖାଯାଏ । କିଛି ମିନିଟ ମଧ୍ୟରେ ଚିକିତ୍ସା ନ ହେଲେ ସାଧାରଣତଃ ମୃତ୍ୟୁ ହୁଏ ।କରୋନାରି ଧମନୀ ରୋଗଯୋଗୁ (coronary artery disease) ସାଧରଣତଃ ହୃଦ୍ରୋଧ ରୋଗ ହୁଏ । ଅତ୍ୟଧିକ ରକ୍ତସ୍ରାବ (major blood loss), ଅମ୍ଳଜାନ ଅଭାବ, ଅଳ୍ପ ପୋଟାସିଅମ (very low potassium), ହୃଦ୍ପାତ (heart failure), ଓ ଅତ୍ୟଧିକ ଶାରୀରିକ ବ୍ୟାୟାମ କଲେ ମଧ୍ୟ ଏହି ରୋଗ ହୋଇପାରେ । କେତେକ ବଂଶାନୁକ୍ରମିକ ବେମାରୀ ଯେପରିକି ଦୀର୍ଘ କ୍ୟୁଟି ସିଣ୍ଡ୍ରୋମ (long QT syndrome) ରୋଗରେ ହୃଦ୍ରୋଧ ସଙ୍କଟ ଥାଏ । ରୋଗ ଆରମ୍ଭ ସମୟରେ ଭେଣ୍ଟ୍ରିକୁଲାର ଫିବ୍ରିଲେସନ (ventricular fibrillation) ହୁଏ । ନାଡ଼ି ଅନୁଭବ କରି ନ ପାରିଲେ ଏହି ରୋଗ ହୋଇଥିବା ସିଦ୍ଧ ହୁଏ । ଉଭୟ ହୃଦ୍ଘାତ ଓ ହୃଦ୍ପାତ ରୋଗମାନଙ୍କରେ ହୃଦ୍ରୋଧ ହେଲେ ମଧ୍ୟ ସେହି ଦୁଇ ରୋଗ ସମାନ ନୁହେଁ ।ସ୍ୱାସ୍ଥ୍ୟପ୍ରଦ ଓଜନ ରଖିଲେ, ଶାରୀରିକ ସକ୍ରିୟତା ଥିଲେ ଓ ଧୂମ୍ରପାନ ନ କଲେ ଏହି ରୋଗ ପ୍ରତିଷେଧ ସମ୍ଭବ ହୁଏ । ହୃଦ୍ରୋଧରେ ତୁରନ୍ତ ରିସସିଟେସନ (cardiopulmonary resuscitation ବା CPR) ଆବଶ୍ୟକ ହୁଏ ଓ ସକେବ୍ଲ ରିଦମ (shockable rhythm) ଥିଲେ ଡିଫିବ୍ରିଲେସନ (defibrillation) ଦିଆଯାଏ । ବଞ୍ଚିଯାଇଥିବା ଲୋକଙ୍କୁ ଟାର୍ଗେଟେଡ ଟେମ୍ପରେଚର ମ୍ୟାନେଜମେଣ୍ଟ (targeted temperature management) ଦେଲେ ଫଳାଫଳ ଉନ୍ନତ ହୁଏ । ପୁନରାବୃତ୍ତି ନ ହେବା ପାଇଁ କାର୍ଡ଼ିଆକ ଡିଫିବ୍ରିଲେଟର ଇମ୍ପ୍ଲାଣ୍ଟ (implantable cardiac defibrillator) ଦେଲେ ମୃତ୍ୟୁ ସଙ୍କଟ କମିଯାଏ ।ଯୁକ୍ତରାଷ୍ଟ୍ର ଆମେରିକାରେ ଏହି ରୋଗ ଯୋଗୁ ଡାକ୍ତରଖାନା ସମ୍ମୁଖରେ ପ୍ରତି ୧୦,୦୦୦ ଲୋକ ମଧ୍ୟରୁ ୫.୨ ଜଣଙ୍କର ମୃତ୍ୟୁ ହୁଏ । ବୟସ ବୃଦ୍ଧି ସଙ୍ଗେ ସଙ୍ଗେ ହୃଦ୍ରୋଧ ସାଧାରଣ ହୋଇଯାଏ । ମହିଳାଙ୍କ ଅପେକ୍ଷା ପୁରୁଷମାନେ ଏହି ରୋଗରେ ଅଧିକ ଆକ୍ରାନ୍ତ ହୁଅନ୍ତି । ଚିକିତ୍ସା ସତ୍ତ୍ୱେ ମାତ୍ର ୮% ରୋଗୀ ବଞ୍ଚିପାରନ୍ତି । ବଞ୍ଚିଯାଇଥିବା ଲୋକଙ୍କ ମଧ୍ୟରୁ ଅଧିକାଂଶ ଅସମର୍ଥ (disability) ହୋଇଯାଆନ୍ତି । ଟେଲିଭିଜନରେ କିନ୍ତୁ ଅନେକ ସମୟରେ ୭୫% ବଞ୍ଚିଯିବା ଦେଖାଯାଏ ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ଗଣେଶ, ଗଣପତି, ବିନାୟକ ବା ତାମିଲରେ ପିଲ୍ଲାଇୟାର ହେଉଛନ୍ତି ସବୁଠାରୁ ଅଧିକ ପୂଜିତ ହିନ୍ଦୁ ଦେବତା । ସେ ମହାଦେବ ଶିବ ଓ ଦେବୀ ପାର୍ବତୀଙ୍କର ସାନ ପୁଅ ଓ କାର୍ତ୍ତିକେୟଙ୍କର ସାନ ଭାଇ । ତାଙ୍କର ବାହନ ମୂଷିକ । ଗଣେଶଙ୍କର ପ୍ରତିକୃତି ଭାରତ ଓ ନେପାଳରେ ସର୍ବତ୍ର ପରିଦୃଷ୍ଟ ହୁଏ। ହିନ୍ଦୁମାନେ ଜାତି, ଭାଷା, ବର୍ଣ ନିର୍ବିଶେଷରେ ଗଣେଶଙ୍କୁ ପୂଜା କରିଥାନ୍ତି। ଏପରିକି ଜୈନ, ବୁଦ୍ଧ ଓ ଅଣଭାରତୀୟମାନେ ମଧ୍ୟ ଗଣେଶଙ୍କ ଉପାସନା କରିଥାନ୍ତି। ଶାସ୍ତ୍ରରେ ୩୨ ପ୍ରକାର ଗଣେଶଙ୍କ ବିଷୟରେ ବର୍ଣ୍ଣନା କରାଯାଇଛି ।ଅନେକ ବିଶେଷତ୍ୱ ମଧ୍ୟରୁ ଗଣେଶ ତାଙ୍କର ହାତୀ ମୁଣ୍ଡ ଯୋଗୁ ସହଜରେ ଚିହ୍ନା ପଡ଼ନ୍ତି । ବିଘ୍ନ ନାଶକ ରୂପେ ସେ ସର୍ବତ୍ର ପୂଜିତ ହୁଅନ୍ତି । କଳା, ବିଜ୍ଞାନର ଓ ବୁଦ୍ଧିମତ୍ତାର ଦେବତା ଓ ସଂରକ୍ଷକ ରୂପେ ସେ ପରିଚିତ । ଆଦି ଦେବତା ହିସାବରେ ପ୍ରତ୍ୟେକ ଶୁଭ କାର୍ଯ୍ୟ, ପୂଜା, ଲେଖାପଢ଼ା ଓ ଧାର୍ମିକ କ୍ରିୟା ଆରମ୍ଭରେ ତାଙ୍କର ଆବାହନ କରାଯାଏ ।
ଶ୍ରୀନିବାସ ରାମାନୁଜନ FRS ( pronunciation ) (୨୨ ଡିସେମ୍ବର ୧୯୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ ’ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ଵବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ଵବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
Long QT syndrome (LQTS) ରୋଗରେ ହୃତ୍ପିଣ୍ଡସ୍ପନ୍ଦନର (heartbeat) ରିପୋଲାରାଇଜେସନ (repolarization) ହୋଇପାରେନି । ଫଳରେ କାର୍ଡ଼ିଆକ ଆରିଦମିଆ ସଙ୍କଟ ଜାତ ହୋଇ ପାଲପିଟେସନ ବା ଦୃତ ହୃତ୍ସ୍ପନ୍ଦନ, ମୂର୍ଚ୍ଛା (Fainting), ପାଣିରେ ବୁଡ଼ିଯିବା ଓ ହୃଦ୍ପାତ (Sudden death) ହୋଇପାରେ । ଅଧିକ ବ୍ୟାୟାମ ବା ମାନସିକ ଚାପ ପଡ଼ିଲେ ଏହି ଘଟଣା ସୃଷ୍ଟି ହୁଏ । ଶ୍ରବଣହାନୀ (hearing loss) ଭଳି ଲକ୍ଷଣମାନ ମଧ୍ୟ ଦେଖାଯାଏ ।ଜନ୍ମରୁ ବା ଜୀବନର ଅନ୍ୟ ସମୟରେ ଲଙ୍ଗ କ୍ୟୁଟି ସିଣ୍ଡ୍ରୋମ ରୋଗ ହୋଇପାରେ । ଜେନେଟିକ ବେମାରୀର (genetic disorder) ଏକ ଅଂଶ ରୂପେ ଅନୁବଂଶୀକ (inherited) ରୋଗ ହୋଇପାରେ । କେତେକ ଔଷଧ, ସ୍ୱଳ୍ପ ରକ୍ତ ପୋଟାସିଅମ, ସ୍ୱଳ୍ପ ରକ୍ତ କ୍ୟାଲସିଅମ ଯୋଗୁ ଜୀବନର ଅନ୍ୟ ସମୟରେ ଆରମ୍ଭ ହୋଇପାରେ । ଆଣ୍ଟିଆରିଦମିଦ (antiarrhythmic), ଆଣ୍ଟିବାୟୋଟିକ (antibiotics), ଓ ଆଣ୍ଟିସାଇକୋଟିକ (antipsychotics) ଔଷଧ ବ୍ୟବହାର ଯୋଗୁ ମଧ୍ୟ ଏହା ଆରମ୍ଭ ହୋଇପାରେ । ଲକ୍ଷଣ ସହିତ ଇଲେକ୍ଟ୍ରୋକାର୍ଡ଼ିଓଗ୍ରାମ (Electrocardiogram) (ଇକେଜି) ଚିତ୍ର (corrected QT interval >୪୪୦ ରୁ ୫୦୦ ମି:ସେ:) ଦେଖି ରୋଗ ନିର୍ଣ୍ଣୟ କରାଯାଏ ।ଯୋରଦାର ବ୍ୟାୟାମ, ଖାଦ୍ୟରେ ଯଥେଷ୍ଟ ପୋଟାସିଅମ (potassium), ବିଟା ବ୍ଲକରସ (beta blockers), ଇମ୍ପ୍ଲାଣ୍ଟେବ୍ଲ କାର୍ଡ଼ିଆକ ଡିଫିବ୍ରିଲେଟର (implantable cardiac defibrillator) ସାହାଯ୍ୟରେ ଚିକିତ୍ସା କରାଯାଏ । ଅଣଚିକିତ୍ସିତ ଓ ହୃଦ୍ପାତ ହୋଇଥିବା ରୋଗୀର ୧୫ ବର୍ଷ ମଧ୍ୟରେ ୫୦% ମୃତ୍ୟୁ ସଙ୍କତ ରହେ । ଉପଯୁକ୍ତ ଚିକିତ୍ସା ପାଇଲେ ୨୦ ବର୍ଷ ମଧ୍ୟରେ ୧% ମୃତ୍ୟୁ ସମ୍ଭାବନା ରହେ ।ପ୍ରାୟ ୭,୦୦୦ ଲୋକରେ ଜଣକୁ ଲଙ୍ଗ କ୍ୟୁଟି ସିଣ୍ଡ୍ରୋମ ରୋଗ ହେଉଥିବା ଲକ୍ଷ କରାଯାଇଛି । ପୁରୁଷଙ୍କ ଅପେକ୍ଷା ମହିଳାଙ୍କର ଏହି ରୋଗ ଅଧିକ ହୁଏ । ଚାଳିଶ ବର୍ଷ ବୟସ ପୂର୍ବରୁ ଅଧିକାଂଶ ଲୋକଙ୍କର ଏ ରୋଗ ହୁଏ । ବ୍ରୁଗାଡା ସିଣ୍ଡ୍ରୋମ, ଆରିଦମୋଜେନିକ ରାଇଟ ଭେଣ୍ଟ୍ରିକୁଲାର ଡିସପ୍ଲାସିଆ (arrhythmogenic right ventricular dysplasia) ସହିତ ଏହି ରୋଗ ମୃତ୍ୟୁର ସାଧାରଣ କାରଣ ଭାବରେ ନିର୍ଣ୍ଣୟ କରାଯାଇଛି । ଯୁକ୍ତରାଷ୍ଟ୍ର ଆମେରିକାରେ ଏହି ରୋଗ ଯୋଗୁ ପ୍ରତି ବର୍ଷ ପ୍ରାୟ ୩,୫୦୦ ଲୋକ ମୃତ୍ୟୁ ବରଣ କରନ୍ତି । ସନ ୧୯୫୭ରେ ପ୍ରଥମେ ଏହି ରୋଗର ସ୍ପଷ୍ଟ ବର୍ଣ୍ଣନା କରାଯାଇଥିଲା ।
ପାର୍ବତୀ ଗିରୀ (୧୯ ଜାନୁଆରୀ ୧୯୨୬- ୧୯୯୫) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ ଥିଲେ, ସେ ପଶ୍ଚିମ ଓଡ଼ିଶାର ମଦର ଟେରେସା ଭାବେ ପରିଚିତ । ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଓଡ଼ିଶାର ନାରୀ ସ୍ୱାଧିନତା ସଂଗ୍ରାମୀମାନେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଛନ୍ତି । ସେ ଅବିଭାଜିତ ସମ୍ବଲପୁର ଜିଲ୍ଲା ତଥା ବର୍ତ୍ତମାନର ବରଗଡ଼ ଜିଲ୍ଲାର ବିଜେପୁର ନିକଚବର୍ତ୍ତୀ ସମଲାଇପଦର ଗ୍ରାମରେ ୧୯ ଜାନୁଆରୀ ୧୯୨୬ ମସିହାରେ ଜନ୍ମ ଗ୍ରହଣ କରିଥିଲେ।
ଭାରତୀୟ ସମ୍ବିଧାନର ମୁଖବନ୍ଧ ଓ ମୌଳିକ ବୈଶିଷ୍ଟ୍ୟ
ଭାରତୀୟ ସମ୍ବିଧାନର ବୈଶିଷ୍ଟ୍ୟ ବର୍ଣ୍ଣନା କଲାବେଳେ କେତେକ ପ୍ରଧାନ ବ୍ୟବସ୍ଥା ପ୍ରତି ଦୃଷ୍ଟିଦେବାକୁ ହୁଏ ।
ଗାନ୍ଧୀ ଯାନ୍ତ୍ରୀକ ଓ ପ୍ରୌଦ୍ୟୋଗିକ ମହାବିଦ୍ୟାଳୟ, ଗୁଣୁପୁର
ଗାନ୍ଧୀ ଯାନ୍ତ୍ରୀକ ଓ ପ୍ରୌଦ୍ୟୋଗିକ ମହାବିଦ୍ୟାଳୟ(ଜି.ଆଇ.ଇ.ଟି) ଗୁଣୁପୁରରେ ଅବସ୍ଥିତ ଏକ ଘରୋଇ ଯାନ୍ତ୍ରୀକ ଓ ବୈଷୟିକ ଶିକ୍ଷାନୁଷ୍ଠାନ ଅଟେ । ଏ. ଆଇ. ସି.
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ଵର ବିଭିନ୍ନ ସ୍ଥାନରୁ ସ୍ଵେଚ୍ଛାସେବକ ମାନଙ୍କ ଅବଦାନଦ୍ଵାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ଵର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ବରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ଵାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ବାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ଵର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଦେବଶିଳ୍ପୀ ବିଶ୍ୱକର୍ମା ସମସ୍ତ ଶିଳ୍ପ ଓ ଶିଳ୍ପୀଙ୍କ କୁଳଦେବତା ।ପୁରାଣମତେ ସେ ଅଷ୍ଟମ ବସୁଦେବତା ପ୍ରଭାସଙ୍କ ଔରସରେ ଯୋଗସିଦ୍ଧାଙ୍କ ଗର୍ଭରୁ ଜନ୍ମଗ୍ରହଣ କରିଥିଲେ । ମତାନ୍ତରେ ପ୍ରଜାପିତା ବ୍ରହ୍ମାଙ୍କ ନାଭି କମଳରୁ ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ଜନ୍ମ । ଚତୁର୍ଭୁଜ ବିଶ୍ଵକର୍ମା, ବାମ ଉପର ହାତରେ ବଟାଳି ଓ ବାମ ତଳ ହାତରେ ମାର୍ତ୍ତୁଲି, ଦକ୍ଷିଣ ଉପର ହାତରେ ଚକ୍ର ଓ ତଳ ହାତରେ ଆଶୀର୍ବାଦ କରୁଥିବାର ଦୃଷ୍ଟିଗୋଚର ହେଇଥାନ୍ତି । ଦିବ୍ୟ ବସ୍ତ୍ର ପରିହିତ ଗଳାରେ ରତ୍ନହାର, ଅନୁପମ ରତ୍ନଅଳଙ୍କାରରେ ବିଭୂଷିତ, କର୍ଣ୍ଣରେ ମକର କୁଣ୍ଡଳ । ସେ ଜ୍ଞାନ ଓ ଅବସ୍ଥାରେ ସମୃଦ୍ଧ ହୋଇଥିଲେ ମଧ୍ୟ କିଶୋର ପରି ପ୍ରତିଭାତ । ଅତ୍ୟନ୍ତ ସୁନ୍ଦର ତେଜସ୍ୱୀ କାମଦେବଙ୍କ ପରି କାନ୍ତିମାନ ଅଟନ୍ତି । ବିଶ୍ୱକର୍ମା ସକଳ ଶିଳ୍ପକଳାର ଜନକ । ବ୍ରହ୍ମାଙ୍କ ନିର୍ଦ୍ଦେଶରେ ବିଶ୍ୱକର୍ମା ସମଗ୍ର ସୃଷ୍ଟି ରଚନା କରିଥିଲେ । ଦେବତାମାନଙ୍କର ସମସ୍ତ ଶସ୍ତ୍ର ବିମାନ ଆଦି ଏହାଙ୍କଦ୍ୱାରା ବିନିର୍ମିତ । ସ୍ୱର୍ଗର ଅମରାବତୀ ହିଁ ତାଙ୍କ ନିର୍ମାଣର ଶ୍ରେଷ୍ଠ ନିଦର୍ଶନ ।
ଗୋପାଳ ଚନ୍ଦ୍ର ପ୍ରହରାଜ (୧୮୭୪-୧୯୪୫) ଜଣେ ଖ୍ୟାତନାମା ଓଡ଼ିଆ ଭାଷାବିଦ, ଲେଖକ ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ଏକ ସମ୍ଭ୍ରାନ୍ତ ଜମିଦାର ବ୍ରାହ୍ମଣ ପରିବାରରେ ହୋଇଥିଲା । ପେଷାରେ ଜଣେ ଓକିଲ ହୋଇଥିଲେ ମଧ୍ୟ ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
କୁମାର ପୂର୍ଣ୍ଣିମା ଓଡ଼ିଶାର ଏକ ବିଶେଷ ପର୍ବ । ଏହା କୁମାରୋତ୍ସବ ବା କୋଜାଗର ପୂର୍ଣ୍ଣିମା ନାମରେ ମଧ୍ୟ ଜଣାଶୁଣା । ଆଶ୍ୱିନ ମାସ ପୂର୍ଣ୍ଣିମା ତିଥିରେ ଏହି ପର୍ବଟି ପାଳିତ ହୁଏ । ଏହି ପୂର୍ଣ୍ଣିମା ଶରତ ଋତୁରେ ପଡ଼ୁଥିବାରୁ କେତେକ ସ୍ଥାନରେ ଏହାକୁ ଶରତ ପୂର୍ଣ୍ଣିମା ମଧ୍ୟ କୁହାଯାଏ । ଏହିଦିନ ଜଗନ୍ମାତା ମା’ ଲକ୍ଷ୍ମୀ ଦେବୀଙ୍କର ଆରାଧନା କରାଯାଉଥିବାରୁ ଏହାକୁ ଗଜଲକ୍ଷ୍ମୀ ପୂଜା ବା କୋଜାଗାର ଲକ୍ଷ୍ମୀ ପୂଜା ମଧ୍ୟ କୁହାଯାଏ । ଏହି ଦିନ ଓଡ଼ିଶାବାସୀ ତୁଳସୀ ଚଉରା, ଗଜଲକ୍ଷ୍ମୀ, ଚନ୍ଦ୍ର, ସୂର୍ଯ୍ୟ ଓ କାର୍ତ୍ତିକଙ୍କର ପୂଜା ଆରାଧନା କରି ନିଜର ସୁଖ, ସୌଭାଗ୍ୟ, ଯଶ, ଧନ ଓ ପୌରୁଷ କାମନା କରିଥାନ୍ତି । ଓଡ଼ିଶାରେ ଏହି ପର୍ବ ସାଧାରଣତଃ କୁମାରୀ କନ୍ୟାମାନେ କାର୍ତ୍ତିକେୟଙ୍କ ଭଳି ସୁନ୍ଦର ଜୀବନସାଥୀ ପାଇବା ପାଇଁ କରିଥାନ୍ତି । ତେବେ ମହାରାଷ୍ଟ୍ର, ପଶ୍ଚିମ ବଙ୍ଗ, ଗୁଜରାଟ ଭଳି ଭାରତର ଅନ୍ୟାନ୍ୟ ରାଜ୍ୟରେ ସ୍ତ୍ରୀ ପୁରୁଷ ନିର୍ବିଶେଷରେ ସମସ୍ତେ ଏହି ପର୍ବକୁ ପାଳନ କରିଥାନ୍ତି । ଏହି ଦିନ ଚନ୍ଦ୍ର ପୃଥିବୀର ନିକଟତମ ସ୍ଥିତିରେ ଥାଏ ଏବଂ ଚନ୍ଦ୍ର କିରଣ ମଣିଷର ସ୍ୱାସ୍ଥ୍ୟ ଓ ଚିନ୍ତାଧାରା ଉପରେ ସକରାତ୍ମକ ପ୍ରଭାବ ପକାଇଥାଏ ବୋଲି ବିଶ୍ୱାସ ରହିଛି । ତେଣୁ ଏହି ଦିନଟିକୁ ଭାରତର ବିଭିନ୍ନ ପ୍ରାନ୍ତରେ ଖୁବ୍ ଆଡ଼ମ୍ବର ସହକାରେ ପାଳନ କରାଯାଇଥାଏ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
କୃଷ୍ଣ ହିନ୍ଦୁ ଦେବତା ଓ ଭଗବାନ ବିଷ୍ଣୁଙ୍କ ଅବତାର। କୃଷ୍ଣ ଅନ୍ୟ ହିନ୍ଦୁ ଦେବାଦେବୀଙ୍କ ଠାରୁ ଅଧିକ ଆଦରଣୀୟ ଏବଂ ଲୋକପ୍ରିୟ ଦେବତା ମଧ୍ୟରେ ଅନ୍ୟତମ। ଅବତାର ଅର୍ଥ ଅବତୀର୍ଣ୍ଣ ହେବା,ଭକ୍ତ ମାନଙ୍କୁ ଦିବ୍ୟାନନ୍ଦ ପ୍ରଦାନ ନିମିତ୍ତ ଓ ଭଗବତ ଧର୍ମ ଠିକ ସ୍ଥାନରେ ଲାଗି ଦେବକୀଙ୍କ ଗର୍ଭରୁ ଶ୍ରୀକୃଷ୍ଣ ଜନ୍ମ ନେଇଥିଲେ। ଶଙ୍ଖ,ଚକ୍ର,ଗଦା,ପଦ୍ମଧାରୀ ସ୍ଵରୂପରେ ମାତାପିତାଙ୍କୁ ଦର୍ଶନ ଦେଇଥିଲେ। ବାଳକ ରୂପରେ ଲୀଳା ଛଳରେ ଦୈତ୍ୟମାନଙ୍କୁ ସ୍ଵଧାମକୁ ପଠେଇ ପୃଥିବୀର ପାପ ଭାର ଲାଘବ କରିଥିଲେ। ବ୍ରହ୍ମା,ଶଙ୍କର ସନକାଦି ମୂନିଋଷିଙ୍କର ପୂଜ୍ୟ ହୋଇମଧ୍ୟ ସାଧାରଣ ବାଳକ ପରି ଲୀଳା କରୁଥିଲେ।