ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣାଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URIଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URLଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ଚନ୍ଦ୍ରଯାନ-୨ ଭାରତର ଦ୍ୱିତୀୟ ଚନ୍ଦ୍ର ଅଭିଯାନ ଥିଲା । ଚନ୍ଦ୍ରଯାନ-୧ର ସଫଳତା ପରେ ଭାରତୀୟ ଅନ୍ତରୀକ୍ଷ ଅନୁସନ୍ଧାନ ସଂଗଠନ ବା ଇସ୍ରୋଦ୍ୱାରା ଏହି ମିଶନର ପରିକଳ୍ପନା କରାଯାଇଥିଲା । ଚନ୍ଦ୍ରଯାନ-୨ ଅଭିଯାନରେ ଇସ୍ରୋକୁ ୯୫ ପ୍ରତିଶତ ସଫଳତା ମିଳିଥିଲା ।ଏହାର ପୂର୍ବବର୍ତ୍ତୀ ଅଭିଯାନ ଚନ୍ଦ୍ରଯାନ-୧ ପରି ଚନ୍ଦ୍ରଯାନ-୨ ସାଇଣ୍ଟିଫିକ୍ ପେଲୋଡ୍ ସହିତ ଏକ ମୁନ୍-ଅର୍ବିଟର ଚନ୍ଦ୍ର ଚାରିପଟେ ପ୍ରଦିକ୍ଷଣ କରିଥିଲା । ଯୋଜନା ମୁତାବକ ଚନ୍ଦ୍ରଯାନ-୨ ଚନ୍ଦ୍ରର କକ୍ଷ ପଥରେ ପହଞ୍ଚିବା ପରେ, ପ୍ରଜ୍ଞାନ ରୋଭରକୁ ନେଇ ବିକ୍ରମ ଲ୍ୟାଣ୍ଡର ଚନ୍ଦ୍ର ପୃଷ୍ଠରେ ଏକ ଅପେକ୍ଷାକୃତ ଉଚ୍ଚ ମଇଦାନରେ ଅବତରଣ କରିବାକୁ ଚେଷ୍ଟା କରିଥିଲା । ଚନ୍ଦ୍ର ଭୂମିପୃଷ୍ଠକୁ ଅବତରଣ କରିବାବେଳେ ବିକ୍ରମ ଲ୍ୟାଣ୍ଡରଟି ନିର୍ଦ୍ଧାରିତ କକ୍ଷପଥରୁ ବିଚ୍ୟୁତ ହୋଇଥିଲା ଏବଂ ଚନ୍ଦ୍ରପୃଷ୍ଠରୁ ୨.୧ କିଲୋମିଟର ଉଚ୍ଚତାରେ ଥିବା ସମୟରେ ଇସ୍ରୋ ସହ ସମସ୍ତ ଯୋଗାଯୋଗ ବିଛିନ୍ନ ହୋଇଯାଇଥିଲା। ଅର୍ବିଟର ଜରିଆରେ ପ୍ରାପ୍ତ ଥର୍ମାଲ୍ ଅପଟିକାଲ ଚିତ୍ରକୁ ଅନୁଧ୍ୟାନ କରି ବିକ୍ରମ ଲ୍ୟାଣ୍ଡର ହାର୍ଡ ଲ୍ୟାଣ୍ଡିଙ୍ଗ୍ କରିଛି ବୋଲି ବୋଲି ଇସ୍ରୋ ମୂଖ୍ୟ କେ.
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ୟେଭାଡୁ (ଇଂରାଜୀ: Yevadu) ୨୦୧୪ ମସିହାର ଭାରତୀୟ ତେଲୁଗୁ ଭାଷାର ଆକ୍ସନ ଫିଲ୍ମ ଅଟେ । ଏହା ବାମସୀ ପେଡ଼ିପଲ୍ଲୀଙ୍କ ଦ୍ୱାରା ଲିଖିତ ଓ ନିର୍ଦ୍ଦେଶିତ ହୋଇଛି । ଏହି ଫିଲ୍ମରେ ରାମ ଚରଣ, ଏମୀ ଜ୍ୟାକ୍ସନ ଓ ଶ୍ରୁତୀ ହାସନ ମୁଖ୍ୟ ଭୂମୀକା ଗ୍ରହଣ କରିଛନ୍ତି; ସାଇ କୁମାର, ଜୟ ସୁଧା, ବ୍ରହମାନ୍ଦମ ଓ ରାହୁଲ ଦେବ ସହାୟକ ଭୂମିକା ଗ୍ରହଣ କରିଛନ୍ତି । ଏଥିରେ ଅଲ୍ଲୁ ଅର୍ଜୁନ ଓ କାଜଲ ଅଗ୍ରୱାଲଙ୍କୁ ମୁଖ୍ୟ ଭୂମିକା ଋପେ ସଂକ୍ଷିପ୍ତ ଭାବେ ଦେଖା ଯାଇଛି । ଏହି ଫିଲ୍ମ ଦିଲ ରାଜୁଙ୍କ ଦ୍ୱାରା ଶ୍ରୀ ଭେଙ୍କଟେଶ୍ୱର କ୍ରୀଏସନ ବ୍ୟାନର ତଳେ ନିର୍ମିତ ହୋଇଥିଲା । ବକ୍କାଥମ ବାମସୀ, ଫିଲ୍ମର ପଟକଥାକୁ ପେଡିପ୍ଳୀ ସହିତ ଲେଖିଥିଲେ । ଦେବୀ ଶ୍ରୀ ପ୍ରସାଦ ଫିଲ୍ମର ସଙ୍ଗୀତ ତିଅରି କରିଥିଲେ ଏବଂ ମାର୍ତଣ୍ଡ ଭେଙ୍କଟସ ଫିଲ୍ମର ସମ୍ପାଦକ ଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ପ୍ରାକୃତିକ ଭାବେ ମିଳୁଥିବା ଅଧିକାଂଶ ସମସ୍ଥାନିକ ଗୁଡ଼ିକ ସ୍ଥାୟୀ ଅଟନ୍ତି । ଓଜନିଆ ମୌଳିକ ଯଥା ଥାଲିଅମ୍ (Z=୮୧), ସୀସା (Z=୮୨) ଓ ବିସ୍ମଥ୍ (Z=୮୩) ଗୁଡ଼ିକର 'କିଛି' ସମସ୍ଥାନିକ ଏବଂ ପୋଲୋନିଅମ୍ (Z=୮୪) ଠାରୁ ଆରମ୍ଭ କରି ତା' ଠାରୁ ଆହୁରି ଅଧିକ ଓଜନିଆ ମୌଳିକ ଗୁଡ଼ିକର 'ସମସ୍ତ' ସମସ୍ଥାନିକ ସ୍ଥାୟୀ ନୁହନ୍ତି (ନିଉକ୍ଲିଅନ୍ ପିଛା ବନ୍ଧନ ଶକ୍ତି ବହୁତ ଦୁର୍ବଳ) ଓ ଏକ ସ୍ଥାୟୀ ନାଭିରେ ପରିଣତ ହେବା ପର୍ଯ୍ୟନ୍ତ ବିକିରଣ କରିଚାଲନ୍ତି । ଏହି ସ୍ୱତଃସ୍ଫୁର୍ତ ବିକିରଣ (Spontaneous disintegration) ପ୍ରକ୍ରିୟାକୁ ତେଜସ୍କ୍ରିୟ କ୍ଷୟ (ଇଂରାଜୀ: Radioactive decay) କୁହାଯାଏ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ପିମ୍ପୁଡି ଏକ ସାମାଜିକ କୀଟ ଅଟେ, ଯେଉଁମାନେ ଫୋରମିସିଡାଏ ନାମକ ଜୀବବିଜ୍ଞାନ କୂଳରେ ବର୍ଗୀକୃତ ହୋଇଛନ୍ତି । ଏହି କୂଳରେ ୧୨,୦୦୦ ରୁ ଅଧିକ ଜାତୀର ବର୍ଗୀକରଣ କରାଯାଇଛି ଏବଂ ଅନୁମାନ ରହିଛି ଯେ, ଏଥିରେ ପାଖାପାଖି ୧୦,୦୦୦ ଅଧିକ ପ୍ରଜାତୀ ରହିଛନ୍ତି । ଏମାନଙ୍କ ବିଶ୍ୱର ପର୍ଯ୍ୟାବରଣରେ ଭାରୀ ପ୍ରଭାବ ରହିଛି, ଯାହାର ପିପୀଳିକାଶାସ୍ତ୍ରୀ ଗଭୀର ଅଧ୍ୟୟନ କରିଥାନ୍ତି ।
ଏହି ବିଜ୍ଞାନ ଯୁଗରେ ପରିସଂଖ୍ୟାନର ବ୍ୟବହାର ବହୁ କ୍ଷେତ୍ରରେ ଦେଖାଯାଏ । କୃଷି, ଶିଳ୍ପ, ସ୍ୱାସ୍ଥ୍ୟ, ଶିକ୍ଷା, ଶାସନ ଆଦି କ୍ଷେତ୍ରରେ ପରିସଂଖ୍ୟାନ ବିନା କୌଣସି ନିର୍ଦ୍ଧିଷ୍ଟ ସିଦ୍ଧାନ୍ତରେ ପହଞ୍ଚିବା ସମ୍ଭବ ନୁହେଁ । ପରିସଂଖ୍ୟାନର ଇଂରାଜୀ ପ୍ରତିଶବ୍ଦ ହେଉଛି Statistics ଏବଂ ଏହି ଶବ୍ଦ ଲାଟିନ୍ ଶବ୍ଦ Status ଅଥବା ଇଟାଲୀୟ ଶବ୍ଦ Statistaରୁ ଉଦ୍ଭବ ବୋଲି ମନେହୁଏ । ଏହି ଦୁଇ ଶବ୍ଦର ଅର୍ଥ ହେଉଛି 'ରାଜନୈତିକ ଅବସ୍ଥା' ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ଓଡ଼ିଆ ଭାଗବତ ଜଗନ୍ନାଥ ଦାସଙ୍କ ରଚିତ ଓଡ଼ିଆ ଭାଷାର ଏକ ପୁରାତନ ସାହିତ୍ୟିକ ପୁରାଣ କୃତି । ଏହା ୧୪ଶ ଶତାବ୍ଦୀରେ ରଚିତ ।, ଭାଗବତ ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ଏହି ପୋଥିମାନଙ୍କୁ ଏକାଠି କରି ତାହାକୁ ଛପା ବହି ଆକାରରେ ପ୍ରକାଶ କରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଟୁଙ୍ଗି ଓ ଭାଗବତ ଗାଦି/ଭାଗବତ ଗୋସାଇଁ ଆଦି ସାମୁହିକ ଭାଗବତ ପାଠ ପାଇଁ ରହିଥିଲା । ଜଗନ୍ନାଥଙ୍କ ପାଖେ ମଧ୍ୟ ଭାଗବତ ପଢ଼ାଯାଏ । ଏହା ଆଗ କାଳରେ ଭାଗବତ ଟୁଙ୍ଗି ମାନଙ୍କରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ହେତୁ ଏହା ଓଡ଼ିଆ ଘର ମାନଙ୍କରେ ବୋଲାଯାଇଥାଏ । ଭାଗବତ ପ୍ରତି ଓଡ଼ିଆ ଘରେ ସନ୍ତାନ ଜନ୍ମ ହେବା ଏନ୍ତୁଡ଼ିଶାଳରେ, ମୁମୂର୍ଷର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ, ମହାମାରୀ, ହଇଜା ଓ ଗ୍ରାମର ଅନିଷ୍ଟ ଆଶଙ୍କା ଭୟରେ ଭାଗବତ ପାଠ କରାଯାଉଥିଲା ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
କମଳା ଦାସ (ଜନ୍ମ: ୧୬ ଅଗଷ୍ଟ ୧୯୪୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଜନତା ଦଳର ଜଣେ କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ, ମାତ୍ର ପରବର୍ତ୍ତୀ ସମୟରେ ବିଜୁ ଜନତା ଦଳର ଗଠନ ପରେ ସେ ବିଜେଡ଼ିରେ ଯୋଗ ଦେଇଥିଲେ ଏବଂ ପରେ ବିଜେଡ଼ି ଛାଡ଼ି ଭାରତୀୟ ଜାତୀୟ କଂଗ୍ରେସରେ ଯୋଗ ଦେଇଥିଲେ ଓ ୨୦୧୪ ମସିହାରେ ପୁଣି କଂଗ୍ରେସ ଛାଡ଼ି ବିଜେଡ଼ିରେ ଯୋଗ ଦେଇଥିଲେ । କମଳା ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟିକା ଭାବରେ କାର୍ଯ୍ୟ କରିବା ସହ ଜଣେ ମନ୍ତ୍ରୀ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ ।କମଳା ୧୯୯୦ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଜନତା ଦଳର ପ୍ରତିନିଧି ଭାବରେ ନିର୍ବାଚନରେ ବିଜୟୀ ହୋଇ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହାପରେ ସେ ୧୯୯୫ ଓଡ଼ିଶା ବିଧାନ ସଭା ନିର୍ବାଚନରେ ପୁଣିଥରେ ଜନତା ଦଳର ପ୍ରତିନିଧି ଭାବରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ବିଜୟୀ ହୋଇ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ପରେ ସେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ୨୦୦୦ ମସିହାରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀ ଆସନରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।କମଳା ୧୦ମ ଓଡ଼ିଶା ବିଧାନ ସଭାରେ ବିଜୁ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ୧୯୯୦ରୁ ୧୯୯୫ ଯାଏଁ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ଏବଂ ପୁଣିଥରେ ୧୨ଶ ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ଜଣେ ମନ୍ତ୍ରୀ ଭାବରେ ୨୦୦୦ ମସିହାରୁ ୨୦୦୧ ମସିହାଯାଏଁ କାର୍ଯ୍ୟ କରିଥିଲେ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ମହାମାୟୀ ଦୁର୍ଗା ସମଗ୍ର ଦେବକୁଳର ସର୍ବୋତ୍ତମ ଅସ୍ତ୍ରଗୁଡିକର ଅଧିକାଅରିଣୀ । ସେ ମଧ୍ୟ ସେସବୁ ଅସ୍ତ୍ରର ପ୍ରୟୋଗକାରିଣୀ । ପଶୁରାଜ ସିଂହ ଦୁର୍ଗାଙ୍କ ବାହାନ । ତାଙ୍କ ଅଙ୍ଗଭୂଷଣ ତଥା ଅଙ୍ଗରକ୍ଷୀ ଭାବେ କାର୍ଯ୍ୟ କରୁଛନ୍ତି ବିଷଧର ନାଗକୁଳ । ମାର୍କଣ୍ଡେୟ ପୁରାଣ ଅନ୍ତର୍ଗତ ‘ଚଣ୍ଡୀ’ରେ କୁହାଯାଇଛି ଭଗବତୀ ଚଣ୍ଡିକା ମହାମାୟା ଏବଂ ସନାତନୀ ଦେବୀ ହେଇଥିଲେ ହେଁ ବିଶ୍ୱର କଲ୍ୟାଣ ପାଇଁ ସେ ବାରମ୍ବାର ଆବିର୍ଭୂତା ହୋଇଥାନ୍ତି । ପ୍ରତ୍ୟେକ ମନୁଷ୍ୟର ଶରୀରରେ ଆଦ୍ୟାଶକ୍ତି କୁଳକୁଣ୍ଡଳିନୀ ରୂପେ ବିରାଜିତା । ସୃଷ୍ଟିର ପ୍ରଥମ ଉଚ୍ଚାରଣ ମା’ । ସେ ଗର୍ଭଧାରିଣୀ ଲାଳନପାଳନ କର୍ତ୍ତ୍ରୀ ତଥା ତ୍ୟାଗ,ଦୟା,ଦୟା, କ୍ଷମା ଓ ମମତାର ପ୍ରତୀକାତ୍ମକ ରୂପ । ମା’ଙ୍କର ଉପାସନା ଇତିହାସର ବର୍ଗବନ୍ଧନୀଠାରୁ ମଧ୍ୟ ବହୁ ପୁରାତନ । ଆଦ୍ୟାଶକ୍ତି ଭାବେ ସେ ସର୍ବଶକ୍ତିମୟୀ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ୱରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
କମ୍ପୁଟର ସଫ୍ଟୱେର କିମ୍ବା ସଫ୍ଟୱେର, କମ୍ପ୍ୟୁଟର ପ୍ରୋଗ୍ରାମ, ଲାଇବ୍ରେରି ଏବଂ ସେମାନଙ୍କ ସମ୍ବନ୍ଧିତ ନଥିକରଣକୁ ନେଇ ଗଠିତ । "ସଫ୍ଟୱେର" ଶବ୍ଦଟି କେବେ କେବେ ସଙ୍କୁଚିତ ଅର୍ଥରେ ଆପ୍ଲିକେସନ ସଫ୍ଟୱେରକୁ ମଧ୍ୟ ବୁଝାଇଥାଏ । ସଫ୍ଟୱେର କମ୍ପ୍ୟୁଟର ମେମୋରିରେ ସାଇତା ହୋଇ ରହିଥାଏ ଏବଂ ଏହାକୁ କେହି ଛୁଇଁପାରିବେ ନାହିଁ ।ନିମ୍ନତମ ସୋପାନରେ, ଏକ୍ସକ୍ୟୁଟ କରାହୋଇପାରିବା କୋଡ଼ସମୂହ ଏକ ନିର୍ଦ୍ଦିଷ୍ଟ ପ୍ରସେସର– ସାଧାରଣତଃ ଏକ ସେଣ୍ଟ୍ରାଲ ପ୍ରୋସେସିଙ୍ଗ ୟୁନିଟ (ସିପିୟୁ) ସହ ସମ୍ବନ୍ଧିତ ମେସିନ ଲାଙ୍ଗୁଏଜକୁ ନେଇ ଗଠିତ । ଏକ ମେସିନ ଲାଙ୍ଗୁଏଜ ପ୍ରୋସେସର ସୂଚନାକୁ ସୂଚାଉଥିବା ବାଇନାରି ମୂଲ୍ୟକୁ ନେଇ ଗଠିତ ଦଳମାନଙ୍କୁ ନେଇ ତିଆରି । ଏହି ମୂଲ୍ୟସବୁ କମ୍ପ୍ୟୁଟରର ପୂର୍ବ ଅବସ୍ଥାକୁ ବଦଳାଇଥାଏ ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ତପସ୍ୱିନୀ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କଦ୍ୱାରା ରଚିତ ଏକ କାବ୍ୟ ସଙ୍କଳନ । ଏହାର ରଚନା ୧୯୧୩ ମସିହାରେ ସମାପ୍ତ ହୋଇଥିଲା ଏବଂ ୧୯୧୪ ମସିହାରେ ପ୍ରକାଶିତ ହୋଇଥିଲା । ଏଗାରଟି ସର୍ଗରେ ସମୃଦ୍ଧ ଏହି କାବ୍ୟଗ୍ରନ୍ଥଟିରେ ରାମ ଓ ସୀତାଙ୍କର ଜୀବନ ଓ ଆଦର୍ଶ ବର୍ଣ୍ଣନା କରାଯାଇଛି । 'କରୁଣ ରସ'ରେ ଏହି କାବ୍ୟଟି ରଚିତ । ପ୍ରଣବ ରଞ୍ଜନ ଭୂୟାଁ, ପୁସ୍ତକଟିକୁ ଇଂରାଜୀରେ ଅନୁବାଦ କରିଛନ୍ତି ।ପୁସ୍ତକଟି, ଶ୍ରୀମାନ ରାମନାରାୟଣ ମିଶ୍ରଙ୍କୁ ଉତ୍ସର୍ଗୀକୃତ କରିଯାଇଛି ।
ଭାରତୀୟ ସମ୍ବିଧାନର ମୁଖବନ୍ଧ ଓ ମୌଳିକ ବୈଶିଷ୍ଟ୍ୟ
ଭାରତୀୟ ସମ୍ବିଧାନର ବୈଶିଷ୍ଟ୍ୟ ବର୍ଣ୍ଣନା କଲାବେଳେ କେତେକ ପ୍ରଧାନ ବ୍ୟବସ୍ଥା ପ୍ରତି ଦୃଷ୍ଟିଦେବାକୁ ହୁଏ ।
ବିର୍ସା ମୁଣ୍ଡା ଭାରତର ଜଣେ ଦେଶପ୍ରେମୀ ସଂଗ୍ରାମୀ ଭାବରେ ଇତିହାସରେ ବିଖ୍ୟାତ। ଊନବିଂଶ ଶତାବ୍ଦୀରେ ଭାରତରେ ଇଂରେଜ ଶାସନ କାଳରେ ବିର୍ସା ବିହାର ଓ ଝାଡ଼ଖଣ୍ଡ ଅଞ୍ଚଳର ସ୍ୱାଧୀନତା ସଂଗ୍ରାମୀ ମାନଙ୍କୁ ଏକାଠି କରି ଏକ ବଡ ଧରଣର ବିପ୍ଲବ ଆରମ୍ଭ କରିଥିଲେ । ୨୫ ବର୍ଷ ବୟସର ହେବା ବେଳକୁ ଭାରତର ସ୍ୱାଧୀନତା ସଂଗ୍ରାମର ଇତିହାସରେ ସେ ଏକ ନୂତନ ଫର୍ଦ୍ଦ ଯୋଡ଼ିସାରିଥିଲେ । ସେ ନିଜ ଗାଁ ଏବଂ ଆଖପାଖ ଅଞ୍ଚଳର ଯୁବକ ମାନଙ୍କୁ ଇଂରେଜ ସରକାରଙ୍କ ବିରୋଧରେ ଲଢ଼ିବାକୁ ସଂଗଠିତ କରିପାରିଥିଲେ।
ଫର୍ମୁଲା ୱାନ୍ ବା ଫର୍ମୁଲା-୧ (ଇଂରାଜୀରେ Formula One ବା Formula 1 ବା F1,ଇଂରାଜୀ ଉଚ୍ଚାରଣ ଫୋର୍ମ୍ୟୁଲା ୱନ୍) ବିଶ୍ୱର ସର୍ବୋତ୍କୃଷ୍ଟ ଓ ବ୍ୟୟବହୁଳ ମୋଟର ଦୌଡ଼ ପ୍ରତିଯୋଗିତା । ଦୌଡ଼ରେ ଭାଗ ନେଉଥିବା ଏହି ଖୋଲା ଚାରି-ଚକିଆ ମୋଟର ଗାଡ଼ିଗୁଡ଼ିକରେ ଜଣେ ଚାଳକ ବସିପାରୁଥିବା ଭଳି ବ୍ୟବସ୍ଥା ଥାଏ ଓ ଏମାନେ ଅତି ଦ୍ରୁତ ବେଗରେ ଗତି କରନ୍ତି । ଅନ୍ତର୍ଜାତୀୟ ଅଟୋମୋବାଇଲ୍ ମହାସଂଘ (Fédération Internationale de l'Automobile – FIA) ଏହି ଦୌଡ଼ ପ୍ରତିଯୋଗିତାର ନିୟମ ପ୍ରଣୟନ, ସଞ୍ଚାଳନ ଓ ନିୟନ୍ତ୍ରଣ କରିଥାଏ । ୧୯୫୦ ମସିହାରେ ପ୍ରଥମେ ଏହି ମୋଟର ଦୌଡ଼ ଆୟୋଜିତ ହୋଇଥିଲା ଏବଂ ତାହା ପରଠାରୁ ଏହି ପ୍ରତିଯୋଗିତାକୁ ଉଚ୍ଚତମ ମାନର ମୋଟର ଦୌଡ଼ ପ୍ରତିଯୋଗିତା ଭାବେ ବିବେଚନା କରାଯାଇଥାଏ । ଅନ୍ତର୍ଜାତୀୟ ଅଟୋମୋବାଇଲ୍ ମହାସଂଘଦ୍ୱାରା ପ୍ରଣିତ ନିୟମାବଳୀକୁ ଫର୍ମୁଲା (ଯାହା ସବୁ ନିର୍ମାତା ଓ ଚାଳକ ମାନିବାକୁ ବାଧ୍ୟ) ଏବଂ ମାନରେ ଉତ୍କୃଷ୍ଟତା ପାଇଁ କ୍ରମାଙ୍କ ୧କୁ ମିଶାଇ ଏହି ମୋଟର ଦୌଡ଼କୁ ଫର୍ମୁଲା-୧ ବୋଲି କୁହାଯାଇଥାଏ । ପ୍ରତିବର୍ଷ ହେଉଥିବା ମୋଟର ଦୌଡ଼ ପ୍ରତିଯୋଗିତାକୁ “ଫର୍ମୁଲା-୧ କ୍ରୀଡ଼ାବର୍ଷ” ବା “ଫର୍ମୁଲା-୧ ସିଜନ୍” ବୋଲି କୁହାଯାଏ । ଗୋଟିଏ କ୍ରୀଡ଼ାବର୍ଷରେ ଅନେକ ଦେଶରେ ଗୋଟିଏ ଲେଖାଏଁ ମୋଟର ଦୌଡ଼ ଅନୁଷ୍ଠିତ ହୁଏ ଯାହାକୁ ଗ୍ରାଁ-ପ୍ରି (ଇଂରାଜୀରେ Grands Prix) ବୋଲି କୁହାଯାଏ । ଏହି ଦୌଡ଼ ପାଇଁ ସ୍ୱତନ୍ତ୍ର ଭାବେ ନିର୍ମିତ ଦୌଡ଼ ପରିକ୍ରମଣ ସଡ଼କ (ରେସିଂ ସର୍କିଟ୍) କିମ୍ବା କିଛି ଦେଶରେ ସାଧାରଣ ଯାତାୟତ ପାଇଁ ଉଦ୍ଦୀଷ୍ଟ ସଡ଼କ ବ୍ୟବହୃତ ହୋଇଥାଏ । ପ୍ରତିଟି ଦୌଡ଼ରେ ଚାଳକ ଓ ଇଞ୍ଜିନ୍ ନିର୍ମାତାଙ୍କ ଗାଡ଼ି କେଉଁ ସ୍ଥାନରେ ରହିଲା – ତାହାକୁ ଭିତ୍ତି କରି ପଏଣ୍ଟ୍ ପ୍ରଦାନ କରାଯାଏ । କ୍ରୀଡ଼ାବର୍ଷ ଶେଷରେ ସର୍ବାଧିକ ପଏଣ୍ଟ୍ ହାସଲ କରିଥିବା ଗାଡ଼ି ଚାଳକ ଓ ଗାଡ଼ି ନିର୍ମାତାଙ୍କୁ ବିଜେତା ଘୋଷିତ କରାଯାଏ । ପ୍ରତି କ୍ରୀଡ଼ାବର୍ଷରେ ଏହିପରି ଦୁଇଟି ବାର୍ଷିକ ବିଜେତା ପୁରସ୍କାର ପ୍ରଦାନ କରାଯାଏ । ପ୍ରତିଟି ଦୌଡ଼ରେ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ସ୍ଥାନରେ ରହିଥିବା ଗାଡ଼ି ଚାଳକଙ୍କୁ ସେହି ଦୌଡ଼ ଶେଷରେ ସମ୍ମାନିତ କରାଯାଏ । ପ୍ରତି ଗାଡ଼ି ଚାଳକଙ୍କ ପାଖରେ ମହାସଂଘ ପ୍ରଦତ୍ତ ଓ ବୈଧ ବିଶେଷ ଅନୁମତି ପତ୍ର (ଏଫ୍. ଆଇ. ଏ.
ପାରମ୍ପରିକ ଭାରତୀୟ ସମାଜରେ , ମହାଲିଙ୍ଗ ଭଗବାନ ମହାଦେବ (ଶିବ)ଙ୍କର ଶକ୍ତି ଏବଂ ଅସ୍ଫୁଟର ଏକ ପ୍ରତୀକ ଅଟେ । ମହା ଶିବଲିଙ୍ଗର ଅର୍ଥ ହେଉଛି ଭଗବାନ ଶିବ (ମହାଦେବ)ଙ୍କ ଆଦି-ଅନାଦୀ ସ୍ୱରୂପ । ଶୂନ୍ୟ , ଆକାଶ , ଅନନ୍ତ ବ୍ରହ୍ମାଣ୍ଡ ଏବଂ ନିରାକାର ପରମ ପୁରୁଷଙ୍କ ପ୍ରତୀକ ହୋଇଥିବାରୁ ଏହାକୁ ଲିଙ୍ଗ କୁହାଗଲା । ସ୍କନ୍ଦ ପୁରାଣରେ କୁହାଯାଇଛି , ଆକାଶ ସ୍ୱୟଂ ଲିଙ୍ଗ ଅଟେ । ଧରତୀ ତାହାର ପୀଠ କିମ୍ବା ଆଧାର ଅଟେ ଏବଂ ସମସ୍ତ ଅନନ୍ତ ଶୂନ୍ୟରୁ ଜନ୍ମ ହୋଇଛନ୍ତି , ସେଥିରେ ଲୟ ହେବା କାରଣରୁ ତାହାଙ୍କୁ ଲିଙ୍ଗ କୁହାଗଲା । ବାତାବରଣ ସହିତ ଘୁରୁଥିବା ପୃଥିବୀ କିମ୍ବା ଅନନ୍ତ ବ୍ରହ୍ମାଣ୍ଡ (ବ୍ରହ୍ମାଣ୍ଡ ଗତିମାନ ଅଟେ)ର ଅକ୍ଷ/ଘୁରୀ (axis) ହିଁ ଲିଙ୍ଗ ଅଟେ ।
ସୁରମା ପାଢ଼ୀ (ଜନ୍ମ: ୨୯ ଡିସେମ୍ବର ୧୯୬୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟି ରାଜନୈତିକ ଦଳ ସହ ସଂପୃକ୍ତ ଅଛନ୍ତି । ସୁରମା ଓଡ଼ିଶା ବିଧାନ ସଭାକୁ ଜଣେ ବିଧାୟିକା ଭାବରେ ନିର୍ବାଚିତ ହୋଇଥିଲେ । ୨୦୦୪ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ୱତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହାଦ୍ୱାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ୱ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି ।
ବାଦୁଡ଼ି ଆକାଶରେ ଉଡୁଥିବା ଏକ ସ୍ତନଧାରୀ ପ୍ରାଣୀ ଅଟେ, ଯିଏ ନିଜର 1000 ରୁ ଅଧିକ ପ୍ରଜାତୀ ସହିତ ସ୍ତନଧାରୀ ଭାବେ ସବୁଠାରୁ ବଡ଼ କୂଳର ନିର୍ମାଣ କରିଥାଏ । ଏମାନେ ପୂର୍ଣ୍ଣ ରୂପେ ନିଶାଚର ହୋଇଥାନ୍ତି ଏବଂ ଗଛ ମାନଙ୍କର ଡାଳ ଅଥବା ଅନ୍ଧାର ଗୁମ୍ଫା ଭିତରେ ଓଲଟା ଓହଳି ରହିଥାନ୍ତି । ଉତ୍ତର ଆମେରିକା ଓ ୟୁରୋପରେ କେବେ କେବେ ଲୋକମାନଙ୍କ ଘର କିମ୍ବା ଖଳାଘରରେ ରୁହନ୍ତି । ସେମାନେ U.K. ରେ ସଂରକ୍ଷିତ ପ୍ରାଣୀ ଅଟନ୍ତି । ଏମାନେ ଏକ ସଫଳ ସମୂହ ଅଟନ୍ତି । ବାଦୁଡ଼ିର 1200 ରୁ ଅଧିକ ପ୍ରଜାତୀ ରହିଛନ୍ତି । ଏହାର ଅର୍ଥ ସମସ୍ତ ଜୀବିତ ସ୍ତନପାୟୀ ପ୍ରଜାତୀ ମାନଙ୍କ ଠାରୁ 20% - ପାଞ୍ଚ ରୁ ଗୋଟିଏ ବାଦୁଡ଼ି ଅଟନ୍ତି । ବାଦୁଡ଼ି ସାଧାରଣତଃ ଦୁଇ ସମୂହରେ ବିଭାଜିତ କରାଯାଇଛି, ପ୍ରଥମ ସମୂହ ଫଳ ଭକ୍ଷୀ ବଡ଼ ବାଦୁଡ଼ି ;ଯିଏ ଦେଖି ଏବଂ ଶୁଙ୍ଘିକରି ନିଜ ଭୋଜନ ଖୋଜିଥାନ୍ତୁ । ଦ୍ଵିତୀୟ ସମୂହ କୀଟ ଭକ୍ଷୀ ଛୋଟ ବାଦୁଡ଼ି ଅଟନ୍ତି; ଯିଏ ପ୍ରତିଧ୍ୱନୀ ଦ୍ୱାରା ସ୍ଥିତି ନିର୍ଦ୍ଧାରଣ ବିଧି ଦ୍ୱାରା ନିଜ ଭୋଜନ ଖୋଜିଥାନ୍ତି । ଏହା ଏପରି ଏକ ସ୍ତନଧାରୀ ପ୍ରାଣୀ ଅଟନ୍ତି ଯିଏ ଉଡିପାରେ ତଥା ରାତିରେ ମଧ୍ୟ ଉଡିପାରେ । ଏହାର ଅଗ୍ରବାହୁ ପର ରେ ପରିବର୍ତ୍ତିତ ହୋଇଥାଏ ଯାହା ଦେଖିବାରେ କୋଷାବରଣ ପେଟାଜିୟମ) ସମାନ ଲାଗିଥାଏ । ତ୍ୱଚାର ଏହି କୋଷାବରଣ ବେକରୁ ନେଇ ହାତ ର ଆଙ୍ଗୁଠି ତଥା ଶରୀରର ପାର୍ଶ୍ଵ ଭାଗରୁ ହୋଇ ଲାଞ୍ଜ ପର୍ଯ୍ୟନ୍ତ ଯାଇଥାଏ ଏବଂ ପର ର ନିର୍ମାଣ କରିଥାଏ । ପଛ ଗୋଡ଼ ପତଳା, ଛୋଟ ଓ ନଖ ଯୁକ୍ତ ହୋଇଥାଏ । ଏହାର ଶରୀରରେ ଚୁଟି କମ ଥାଏ । ମୁଣ୍ଡର ଦୁଇ ପାର୍ଶ୍ଵରେ ଆହୁରି ବଡ଼ ବଡ଼ କର୍ଣ୍ଣପଲ୍ଲବ ମିଳିଥାଏ । ବାଦୁଡ଼ି ପରର ଆକାର ୨.୯ ସେଣ୍ଟି ମିଟରରୁ ନେଇ ୨୫୦୦ ସେଣ୍ଟିମିଟର ପର୍ଯ୍ୟନ୍ତ ତଥା ସେମାନଙ୍କ ଓଜନ 2 ଗ୍ରାମରୁ 1200 ଗ୍ରାମ ପର୍ଯ୍ୟନ୍ତ ହୋଇଥାଏ ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ଦୁର୍ଗା ପୂଜା ଆଶ୍ୱିନ ମାସରେ ହିନ୍ଦୁମାନେ ପାଳନ କରୁଥିବା ଏକ ଉତ୍ସବ । ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣିତ ଅଛି ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶୀର୍ବାଦରୁ ରାଜ୍ୟହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧି ବୈଶ୍ୟ ମଧ୍ୟ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ । ସମସ୍ତ ଦେବତା ଯେବେ ମହିଷାସୁରର ଅତ୍ୟାଚାରରେ ସନ୍ତ୍ରପ୍ତ ହୋଇ ବ୍ରହ୍ମାଙ୍କ ଶରଣାପନ୍ନହେଲେ ସେତେବେଳେ ବ୍ରହ୍ମା, ଶ୍ରୀବିଷ୍ଣୁ ଓ ଶିବଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜଦ୍ୱାରା ଦୁର୍ଗାଙ୍କୁ ଆବାହନ କଲେ, ଏବଂ ଦେବୀ ଦୁର୍ଗା ପ୍ରକଟୀତା ହେଲେ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ,ଶେଷରେ ଦେବୀ ସିଂହ ବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ । ଅନେକ ସମୟ ଯୁଦ୍ଧ କଲାପରେ ଦେବୀ ଶୂଳଦ୍ୱାରା ମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଗଦ୍ୱାରା ଶିରଚ୍ଛେଦ କଲେ । ସେହି ସମୟ ଥିଲା ଚୈତ୍ର ଶୁକ୍ଳ ପକ୍ଷ ଅଷ୍ଟମୀ ଓ ନବମୀର ସନ୍ଧିକ୍ଷଣ, ତେଣୁ ଏହିସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ ।
କୁମାର ପୂର୍ଣ୍ଣିମା ଓଡ଼ିଶାର ଏକ ବିଶେଷ ପର୍ବ । ଏହା କୁମାରୋତ୍ସବ ବା କୋଜାଗର ପୂର୍ଣ୍ଣିମା ନାମରେ ମଧ୍ୟ ଜଣାଶୁଣା । ଆଶ୍ୱିନ ମାସ ପୂର୍ଣ୍ଣିମା ତିଥିରେ ଏହି ପର୍ବଟି ପାଳିତ ହୁଏ । ଏହି ପୂର୍ଣ୍ଣିମା ଶରତ ଋତୁରେ ପଡ଼ୁଥିବାରୁ କେତେକ ସ୍ଥାନରେ ଏହାକୁ ଶରତ ପୂର୍ଣ୍ଣିମା ମଧ୍ୟ କୁହାଯାଏ । ଏହିଦିନ ଜଗନ୍ମାତା ମା’ ଲକ୍ଷ୍ମୀ ଦେବୀଙ୍କର ଆରାଧନା କରାଯାଉଥିବାରୁ ଏହାକୁ ଗଜଲକ୍ଷ୍ମୀ ପୂଜା ବା କୋଜାଗାର ଲକ୍ଷ୍ମୀ ପୂଜା ମଧ୍ୟ କୁହାଯାଏ । ଏହି ଦିନ ଓଡ଼ିଶାବାସୀ ତୁଳସୀ ଚଉରା, ଗଜଲକ୍ଷ୍ମୀ, ଚନ୍ଦ୍ର, ସୂର୍ଯ୍ୟ ଓ କାର୍ତ୍ତିକଙ୍କର ପୂଜା ଆରାଧନା କରି ନିଜର ସୁଖ, ସୌଭାଗ୍ୟ, ଯଶ, ଧନ ଓ ପୌରୁଷ କାମନା କରିଥାନ୍ତି । ଓଡ଼ିଶାରେ ଏହି ପର୍ବ ସାଧାରଣତଃ କୁମାରୀ କନ୍ୟାମାନେ କାର୍ତ୍ତିକେୟଙ୍କ ଭଳି ସୁନ୍ଦର ଜୀବନସାଥୀ ପାଇବା ପାଇଁ କରିଥାନ୍ତି । ତେବେ ମହାରାଷ୍ଟ୍ର, ପଶ୍ଚିମ ବଙ୍ଗ, ଗୁଜରାଟ ଭଳି ଭାରତର ଅନ୍ୟାନ୍ୟ ରାଜ୍ୟରେ ସ୍ତ୍ରୀ ପୁରୁଷ ନିର୍ବିଶେଷରେ ସମସ୍ତେ ଏହି ପର୍ବକୁ ପାଳନ କରିଥାନ୍ତି । ଏହି ଦିନ ଚନ୍ଦ୍ର ପୃଥିବୀର ନିକଟତମ ସ୍ଥିତିରେ ଥାଏ ଏବଂ ଚନ୍ଦ୍ର କିରଣ ମଣିଷର ସ୍ୱାସ୍ଥ୍ୟ ଓ ଚିନ୍ତାଧାରା ଉପରେ ସକରାତ୍ମକ ପ୍ରଭାବ ପକାଇଥାଏ ବୋଲି ବିଶ୍ୱାସ ରହିଛି । ତେଣୁ ଏହି ଦିନଟିକୁ ଭାରତର ବିଭିନ୍ନ ପ୍ରାନ୍ତରେ ଖୁବ୍ ଆଡ଼ମ୍ବର ସହକାରେ ପାଳନ କରାଯାଇଥାଏ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ୱାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ୱାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ରାଷ୍ଟୀୟ ସ୍ୱୟଂସେବକ ସଂଘ (ଆରଏସ୍ଏସ୍) ଗାନ୍ଧିଜୀଙ୍କ ସେହି ଦର୍ଶନରେ ସମ୍ପୂର୍ଣ୍ଣ ସହମତି ପ୍ରକାଶ କରେ ଯେଉଁଥିରେ କୁହାଯାଏ ଯେ, ହିନ୍ଦୁତ୍ୱରେ ମହମ୍ମଦ, ଜୋରଷ୍ଟର୍ ଓ ମୋଜେଜଙ୍କ ପାଇଁ ଯେତିକି ସ୍ଥାନ ରହିଛି ଯୀଶୁଙ୍କ ପାଇଁ ମଧ୍ୟ ଅନୁରୂପ ସ୍ଥାନ ରହିଛି। ଭାରତରେ ଥିବା ମୁସଲମାନ ଭାଇ ଭଉଣୀମାନେ ଯେ ପ୍ରକୃତରେ ବଳପ୍ରୟୋଗ ଓ ପରିସ୍ଥିତିର ଶିକାର ହୋଇ ହିନ୍ଦୁରୁ ମୁସଲମାନ ଧର୍ମକୁ ପରିବର୍ତ୍ତିତ ହୋଇଛନ୍ତି, ଏହା ମଧ୍ୟ ସ୍ୱୀକାରଯୋଗ୍ୟ । ଏବେ ମଧ୍ୟ ସେମାନେ ବିଭିନ୍ନ ଦୃଷ୍ଟିକୋଣରୁ ହିନ୍ଦୁ ଭାବେ ପରିଗଣିତ। ପ୍ରଗତି, ସମୃଦ୍ଧି ଓ ସ୍ୱାଧିନତା ପାଇ ସେମାନେ ଯେ ଦିନେ ପୁଣି ଥରେ ମନାତନ ବିଶ୍ୱାସ ଓ ଜୀବନ ଶୈଳୀକୁ ଆପଣାଇବେ ଏହି ବିଶ୍ୱାସ ରଖାଯିବା ଉଚିତ। ଇଂରେଜମାନଙ୍କ ଡିଭାଇଡ ଆଣ୍ଡ ରୁଲ ନୀତି ଯୋଗୁଁ ତତ୍କାଳୀନ ଭାରତୀୟ ରାଜନୀତିଜ୍ଞ ଓ ନେତାମାନେ ଅଖଣ୍ଡ ଭାରତର ସାର୍ବଭୌମତ୍ୱ ସହ ସାଲିସ କରିବାକୁ ବାଧ୍ୟ ହୋଇଥିଲେ । ଯେଉଁଥିପାଇଁ ଆମକୁ ଦେଶ ବିଭାଜନର ଶକ୍ତ ଧକ୍କା ସହ୍ୟ କରିବାକୁ ପଡ଼ିଲା । କିନ୍ତୁ ସଂଘ ପରିବାର ମୂଳ ଭାରତୀୟ ସଂସ୍କୃତି, ସଭ୍ୟତା ଓ ବିଭିନ୍ନ ସଂପ୍ରଦାୟ ମଧ୍ୟରେ ଐକ୍ୟ ଉପରେ ବିଶ୍ୱାସ ରଖେ । ଆରଏସ୍ ଏସ୍ ଗଠନ ହେବା ଦିନଠାରୁ ରାଷ୍ଟ୍ର ଗଠନ ପାଇଁ କାର୍ଯ୍ୟ କରି ଆସିଛି। ୧୯୩୦-୪୦ ଦଶକରେ ଭାରତ ଯେଉଁ ଘଡିସନ୍ଧି ମୁହୂର୍ତ୍ତ ଦେଇ ଗତି କରୁଥିଲା ସେହି ସମୟରେ ରାଷ୍ଟ୍ରର ଅଖଣ୍ଡତା ବଜାୟ ରଖିବା ସହ ଭାରତ ଗଠନରେ ଆରଏସ୍ ଏସ୍ର ଭୂମିକାକୁ ଯେ କେହି ମଧ୍ୟ ସ୍ୱୀକାର କରିବ । କିନ୍ତୁ ପରବର୍ତ୍ତୀ ସମୟରେ ଗାନ୍ଧିଜୀଙ୍କ ହତ୍ୟା ଓ ଶାସନରେ ରହୁଥିବା ରାଜନୈତିକ ଦଳଗୁଡିକର ଚକ୍ଷୁଶୀଳତା ଯୋଗୁଁ ଏହାର ଗାରିମାରେ ଆଞ୍ଚ ଆସିଥିଲା।
ଆହେ ଦୟାମୟ ବିଶ୍ୱ ବିହାରୀ ଓଡ଼ିଆ ଭାଷାର ଏକ ପ୍ରାର୍ଥନା । ଏହା ଓଡ଼ିଆ ଶିକ୍ଷକ ଓ କବି ରାମକୃଷ୍ଣ ନନ୍ଦଙ୍କ "ଝୁମୁକା" କବିତା ସଂକଳନରୁ ଆନୀତ । ଏହି ପ୍ରାର୍ଥନାଟି ଗାନ୍ଧୀଙ୍କର ସାବରମତୀ ଆଶ୍ରମର ପ୍ରାର୍ଥନା ସଭାରେ ବୋଲାଯାଉଥିଲା। ପାରମ୍ପରିକ ଭାବେ ଏହି ଗୀତଟିକୁ ଓଡ଼ିଶୀ ସଙ୍ଗୀତର ଚକ୍ରକେଳୀ ବୃତ୍ତର ଛାନ୍ଦ ଭାବେ ଗାୟନ କରାଯାଏ । ଗୀତଟି ଓଡ଼ିଆ ଚଳଚ୍ଚିତ୍ର ବଳିଦାନରେ ମଧ୍ୟ ସ୍ଥାନ ପାଇଥିଲା ।
ଉଦୟଗିରି ଓ ଖଣ୍ଡଗିରି ଗୁମ୍ଫା ଅଧା ପ୍ରକୃତିକ ଓ ଅଧା ମଣିଷଦ୍ୱାରା ତିଆରି ଯାହାର ଐତିହାସିକ, ପୁରାତନ ତତ୍ତ୍ୱ ଓ ଧାର୍ମିକ ଗୁରୁତ୍ତ୍ୱ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱରଠାରେ ଅବସ୍ଥିତ । ଗୁମ୍ଫାଗୁଡିକ ଦୁଇଟି ପାହାଡ଼ ଉଦୟଗିରି ଓ ଖଣ୍ଡଗିରିରେ ରହିଛି ଯାହା ହାତୀଗୁମ୍ଫାର ଶିଳାଲେଖରେ କୁମାରୀ ପର୍ବତ ନାମରେ ମଧ୍ୟ ଜଣା ଓ ଏହି ଦୁଇ ପାହାଡ଼ ଉଭୟଙ୍କ ଆଡକୁ ମୁଁହାଇ ରାସ୍ତାର ଦୁଇ ପାଖରେ ଅଛନ୍ତି ।ଖଣ୍ଡଗିରିରେ ୧୫ଟି ଗୁମ୍ଫା ଥିବାବେଳେ ଉଦୟଗିରିରେ ୧୮ଟି ଗୁମ୍ଫା ରହିଛି । ହାତୀ ଗୁମ୍ଫା ନିକଟରେ ବାରଭୁଜା ଦେବୀଙ୍କର ଏକ ମନ୍ଦିର ଅଛି।
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।ଜଳ ପୃଥିବୀପୃଷ୍ଟରେ ପ୍ରାକୃତିକ ଭାବେ ମିଳେ । ଜଳ ହେଉଛି ଏକମାତ୍ର ବସ୍ତୁ ଯାହା ସାଧାରଣ ତାପମାତ୍ରାରେ ୩ଟି ଅବସ୍ଥାରେ ରହେ । ଜଳର ୪୦ରୁ ଉର୍ଦ୍ଧ୍ୱ ବିଶେଷ ଜଳ ଘନିଭୂତ ହେଲେ ଏହାର ଆୟତନ ପାଖାପାଖି ୯% ବୃଦ୍ଧି ପାଏ ।
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ୱରୂପରାଣୀ ଥିଲା । ସେ ସ୍ୱାଧିନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ଗର୍ଭାବସ୍ଥା, (ଅନ୍ୟ ନାମ ପ୍ରେଗନାନ୍ସି ବା ଗ୍ରାଭିଡିଟି ବା ଜେସ୍ଟାସନ, ଇଂରାଜୀରେ ଯଥାକ୍ରମେ Pregnancy or gravidity or gestation) ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଅପତ୍ୟ (offspring) ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।