ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ବିର୍ସା ମୁଣ୍ଡା ଭାରତର ଜଣେ ଦେଶପ୍ରେମୀ ସଂଗ୍ରାମୀ ଭାବରେ ଇତିହାସରେ ବିଖ୍ୟାତ। ଊନବିଂଶ ଶତାବ୍ଦୀରେ ଭାରତରେ ଇଂରେଜ ଶାସନ କାଳରେ ବିର୍ସା ବିହାର ଓ ଝାଡ଼ଖଣ୍ଡ ଅଞ୍ଚଳର ସ୍ୱାଧୀନତା ସଂଗ୍ରାମୀ ମାନଙ୍କୁ ଏକାଠି କରି ଏକ ବଡ ଧରଣର ବିପ୍ଲବ ଆରମ୍ଭ କରିଥିଲେ । ୨୫ ବର୍ଷ ବୟସର ହେବା ବେଳକୁ ଭାରତର ସ୍ୱାଧୀନତା ସଂଗ୍ରାମର ଇତିହାସରେ ସେ ଏକ ନୂତନ ଫର୍ଦ୍ଦ ଯୋଡ଼ିସାରିଥିଲେ । ସେ ନିଜ ଗାଁ ଏବଂ ଆଖପାଖ ଅଞ୍ଚଳର ଯୁବକ ମାନଙ୍କୁ ଇଂରେଜ ସରକାରଙ୍କ ବିରୋଧରେ ଲଢ଼ିବାକୁ ସଂଗଠିତ କରିପାରିଥିଲେ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ୱରୂପରାଣୀ ଥିଲା । ସେ ସ୍ୱାଧିନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ବାଞ୍ଛାନିଧି ମହାନ୍ତି ଜଣେ ସ୍ୱାଧୀନତା ସଂଗ୍ରାମୀ ଏବଂ କବି । ତାଙ୍କ ଜୀବନର ଦୁଇଟି ଲକ୍ଷ୍ୟ ଥିଲା; ପ୍ରଥମଟି ହେଲା ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ଓ ଦ୍ୱିତୀୟଟି ହେଲା ସାମ୍ରାଜ୍ୟବାଦୀ ଫିରିଙ୍ଗି ଶାସନର ଅବସାନ । ସେ ସ୍ୱାଧୀନତା ଆନ୍ଦୋଳନ ପାଇଁ ଅନେକ ଦେଶାତ୍ମବୋଧକ ଗୀତ ରଚନା କରି ନିଜେ ଗାନ କରିଥିଲେ, ଫଳରେ ଆଖପାଖରେ ଲୋକମାନେ ତାଙ୍କ ଗୀତ, କବିତା ଆଦିଦ୍ୱାରା ଆକୃଷ୍ଟ ହୋଇ ସ୍ୱାଧୀନତା ସଂଗ୍ରାମରେ ଯୋଗଦାନ କରିଥିଲେ । ଅସହଯୋଗ ଆନ୍ଦୋଳନ ସମୟରେ ତାଙ୍କର ସଙ୍ଗୀତ କଂଗ୍ରେସ ଭାବ ପ୍ରଚାର କରିବାରେ ବହୁତ ସାହାଯ୍ୟ କରିଥିଲା । ତାଙ୍କ ରଚିତ ଦୁଃଖିନୀ କନିକା ଗୀତଟି ଜନାଦୃତ । ସେ ଜାତୀୟତାଭରା ଗୀତ ଗାଇ ଗାଇ ଗାଁ ଗାଁରେ ବୁଲୁଥିବାରୁ ତାଙ୍କୁ ଜାତୀୟ କବି ବୋଲି ପରିଚୟ ମିଳିଥିଲା । ସାଙ୍ଗେ ସାଙ୍ଗେ ଗୀତ ଲେଖି ବାଟେଘାଟେ ଗାଉଥିଲେ ବୋଲି ତାଙ୍କୁ ମଧ୍ୟ ଚାରଣ କବି କୁହାଯାଉଥିଲା ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ସୁଇଜରଲ୍ୟାଣ୍ଡ / ସ୍ୱିଜରଲ୍ୟାଣ୍ଡ ବା ସ୍ୱିସ୍ ସଂଘରାଜ୍ୟ ଇଉରୋପର ଏକ ସଂଘୀୟ ଗଣତାନ୍ତ୍ରିକ ଦେଶ । ସ୍ୱିଜରଲ୍ୟାଣ୍ଡ ଦେଶ ୨୬ଟି ସଂଘରାଜ୍ୟ ବା କ୍ୟାଣ୍ଟନରେ ବିଭକ୍ତ ଓ ବର୍ନ୍ (ଈଂରାଜୀରେ Bern) ଏହି ଦେଶର ରାଜଧାନୀ । ପଶ୍ଚିମ ଇଉରୋପର କେନ୍ଦ୍ରରେ ସ୍ୱିଜରଲ୍ୟାଣ୍ଡ ଅବସ୍ଥିତ । ସ୍ୱିଜରଲ୍ୟାଣ୍ଡକୁ ଦକ୍ଷିଣ ପଟେ ଇଟାଲି, ପଶ୍ଚିମ ପଟେ ଫ୍ରାଂସ୍, ଉତ୍ତର ପଟେ ଜର୍ମାନୀ ଓ ପୂର୍ବପଟେ ଅଷ୍ଟ୍ରିଆ ଏବଂ ଲିଖଟେନଷ୍ଟାଇନ୍ ଘେରି ରହିଛନ୍ତି । ଚାରିପଟୁ ସ୍ଥଳଭାଗଦ୍ୱାରା ପରିବେଷ୍ଟ ଏହି ଦେଶର କ୍ଷେତ୍ରଫଳ ପ୍ରାୟ ୪୧୨୮୫ ବର୍ଗ କିଲୋମିଟର୍ (୧୫୯୪୦ ବର୍ଗ ମାଇଲ୍) । ଭୌଗୋଳିକ ଦୃଷ୍ଟିକୋଣରୁ ଏହାର ଭୂଭାଗ ଆଲ୍ପସ୍ ପର୍ବତଶ୍ରେଣୀ, ସ୍ୱିସ୍ ଉଚ୍ଚ-ସମଭୂମି ଓ ଜୁରା ପର୍ବତାଞ୍ଚଳଦ୍ୱାରା ଶୋଭିତ । ଆଲ୍ପସ୍ ପର୍ବତଶ୍ରେଣୀ ଏହି ଦେଶର ଅଧିକାଂଶ ଭାଗ ଅଧିକାର କରିଥିବା ବେଳେ ଏହାର ଉଚ୍ଚ ସମତଳ ଭୂମିରେ ପ୍ରାୟ ୮୦ ଲକ୍ଷ ସ୍ୱିସ୍ (ଈଂରାଜୀରେ Swiss) ନାଗରିକ ବସବାସ କରିଥାନ୍ତି । ଏହି ଉଚ୍ଚ ସମତଳ ଭୂମିରେ ଅନେକ ପ୍ରମୁଖ ନଗର ଗଢ଼ି ଉଠିଛି । ବିଶ୍ୱ ଅର୍ଥନୀତିର ପ୍ରମୁଖ କେନ୍ଦ୍ର ଭାବେ ପରିଗଣିତ ଜୁରିକ୍ ଓ ଜେନିଭା ତନ୍ମଧ୍ୟରୁ ଅନ୍ୟତମ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ହୃଦାନନ୍ଦ ପାଣିଗ୍ରାହୀ, ଜଣେ ଓଡ଼ିଆ ସାହିତ୍ୟିକ । ସେ ୧୯୫୫ ମସିହା ଅଗଷ୍ଟ ୬ ତାରିଖରେ ଭଦ୍ରକ ଜିଲ୍ଲାର ଝାଡ଼ପଟାଠାରେ ଜନ୍ମଗ୍ରହଣ କରିଥିଲେ । ସେ ଭଦ୍ରକ କଲେଜରୁ ସ୍ନାତକ ଉତ୍କଳ ବିଶ୍ୱବିଦ୍ୟାଳୟରୁ ଓଡ଼ିଆ ସାହିତ୍ୟରେ ସ୍ନାତକୋତ୍ତର କରିଥିଲେ । ୧୯୭୯ମସିହାରୁ ଚମ୍ପୁଆସ୍ଥିତ ଚନ୍ଦ୍ରଶେଖର ମହାବିଦ୍ୟାଳୟରୁ ଅଧ୍ୟାପକ ଭାବରେ ନିଜ ବୃତ୍ତିଗତ ଜୀବନ ଆରମ୍ଭ କରି, ୨୦୧୪ମସିହାରେ ପାଳିଆବିନ୍ଧାସ୍ଥିତ ବିରଞ୍ଚି ନାରୟଣ ମାଧବ-ଅର୍ଜ୍ଜୁନ ମହାବିଦ୍ୟାଳୟର ଓଡ଼ିଆ ବିଭାଗର ମୁଖ୍ୟଭାବେ ସେବାନିବୃତ ହୋଇଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ବିଦ୍ୟୁତପ୍ରଭା ଦେବୀଙ୍କୁ, ଓଡ଼ିଆ ଭାଷାର ଶ୍ରେଷ୍ଠ ମହିଳା କବିମାନଙ୍କ ମଧ୍ୟରେ ପରିଗଣନା କରାଯାଏ । ନିଜ କାବ୍ୟ ସଙ୍କଳନ 'ସଞ୍ଚୟନ' ପାଇଁ, ସେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଲାଭ କରିଛନ୍ତି ।ରେଭେନ୍ସା ବାଳିକା ବିଦ୍ୟାଳୟରେ ମାତ୍ର ନବମ ଶ୍ରେଣୀ ଯାଏଁ ପଢିଥିବା ବିଦ୍ଯୁତପ୍ରଭା ଆପେ ଆପେ ଇଂରାଜୀ, ବଙ୍ଗଳା ଭାଷା,ବ୍ୟାକରଣ ତଥା କବିତା ରଚନାର ବିଭିନ୍ନ ବିଭବ ଶିକ୍ଷାକରିଥିଲେ । ନିଜ ପିତାଙ୍କ ବନ୍ଧୁ କୃଷ୍ଣଚନ୍ଦ୍ର କର, ରାଧାମୋହନ ଗଡ଼ନାୟକ ଓ ମାୟାଧର ମାନସିଂହ ଆଦିଙ୍କଦ୍ୱାରା ପ୍ରଭାବିତ ହୋଇ ୧୯୪୦ ମସିହାରୁ କବିତା ଲେଖିବା ଆରମ୍ଭ କରିଥିଲେ । ନିଜ ବଡ଼ ଭଉଣୀ ବାସନ୍ତି ଦେବୀଙ୍କ ସହ ମିଶି ୧୯୪୯ ମସିହାରେ 'ସବିତା' ନାମରେ ନିଜର ପ୍ରଥମ କାବ୍ୟ ସଙ୍କଳନ ପ୍ରକାଶ କରିଥିଲେ । ବିବାହ ପରେ, ତାଙ୍କ ସ୍ୱାମୀ ପଞ୍ଚାନନ ମହାନ୍ତି ତାଙ୍କୁ ଏ ଦିଗରେ ଉତ୍ସାହିତ କରିଥିଲେ ଏବଂ ତାଙ୍କର କବିତା ରଚନା ଅନବରତ ଚାଲିରହିଥିଲା । ୧୯୫୨ ମସିହାରେ ମାତୃତ୍ୱ ଲାଭ କରିବା ପରେ, ବିଦ୍ୟୁତପ୍ରଭା ଶିଶୁମାନଙ୍କ ପାଇଁ ଲେଖିବା ଆରମ୍ଭ କଲେ ଏବଂ ଖୁବ ଲୋକପ୍ରିୟ ହୋଇପାରିଥିଲେ ଓ ବହୁବାର ପୁରସ୍କୃତ ହୋଇଥିଲେ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ବାଲିଯାତ୍ରା (ଡ଼ଙ୍ଗାଭସା ବା ବୋଇତ ବନ୍ଦାଣ ନାମରେ ମଧ୍ୟ ଜଣା)ଏକ ଓଡ଼ିଆ ପର୍ବ । ବାଲିଯାତ୍ରା ଓଡ଼ିଶାର ଗୌରବପୂର୍ଣ୍ଣ ଐତିହ୍ୟର ଯାତ୍ରା । ବାଲିଯାତ୍ରା ଏପରି ଏକ ଗଣମହୋତ୍ସବ ଯାହା ଓଡ୍ର, କଳିଙ୍ଗ, ଉତ୍କଳ, ତୋଷାଳୀ, କଙ୍ଗୋଦ ଓ କୋଶଳର ସମନ୍ୱୟଭିତ୍ତିକ ଯାତ୍ରା । ଆଧୁନିକ ଓଡ଼ିଶା ଉପରୋକ୍ତ ରାଷ୍ଟ୍ରଗୁଡିକର ପରିବର୍ତ୍ତିତ ରୂପ । ଏହି ଯାତ୍ରା (ଅକ୍ଟୋବର-ନଭେମ୍ବର) କାର୍ତ୍ତିକ ମାସର ପୂର୍ଣ୍ଣିମା ଠାରୁ ଆରମ୍ଭ ହୋଇଥାଏ । ଆଗ କାଳରେ ସାଧବପୁଅମାନେ ନିଜ ବୋଇତରେ ଜାଭା, ବାଲି, ସୁମାତ୍ରା,ବୋର୍ଣ୍ଣିଓ (ଏବେକାର ଇଣ୍ଡୋନେସିଆ) ଆଦି ସ୍ଥାନକୁ ବେପାର ବଣିଜ କରିବାକୁ ଯାଉଥିଲେ ଯାହାର ସ୍ମୃତିରେ ଉପକୂଳ ଅଞ୍ଚଳମାନଙ୍କରେ ବାଲିଯାତ୍ରାର ଆୟୋଜନ କରାଯାଇଥାଏ ।ଓଡ଼ିଶାର କଟକ ସହରରେ ବୋଇତ ବନ୍ଦାଣ ବା ବାଲିଯାତ୍ରାର ମହାସମାଗମ ହୋଇଥାଏ । କାର୍ତ୍ତିକ ପୂର୍ଣ୍ଣିମା ଦିନ ଓଡ଼ିଆମାନେ ଆକାମାବୈ ଗୀତ ବୋଲି ଡଙ୍ଗା ଭସାଇଥାନ୍ତି ଓ ଓଡ଼ିଶାର ଏହି ଅତୀତର ଇତିହାସକୁ ମନେପକାଇଥାନ୍ତି । ଏହି ସମୟକୁ ସାଧବମାନେ ବେପାର-ବଣିଜ ପାଇଁ ପ୍ରକୃଷ୍ଟ ସମୟ ଭାବୁଥିଲେ କାରଣ ପବନର ଗତି ସେମାନଙ୍କ ଯାତ୍ରାକୁ ସହଜ କରୁଥିଲା । କଟକଠାରେ ବାଲିଯାତ୍ରା ପ୍ରତି ବର୍ଷ ଗଡ଼ଗଡ଼ିଆ ଘାଟ ଓ ବାରବାଟି ଦୁର୍ଗ ନିକଟରେ ଅନୁଷ୍ଠିତ ହୋଇଥାଏ। ଏଠାକୁ ଓଡ଼ିଶା ଓ ଦେଶର ବିଭିନ୍ନ ପ୍ରାନ୍ତରୁ ଅନେକ ବ୍ୟବସାୟୀ ଆସିଥାନ୍ତି । ଦେଶର ବିଭିନ୍ନ ପ୍ରାନ୍ତର ହସ୍ତ-ଶିଳ୍ପ ଦେଖିବାକୁ ମିଳିଥାଏ । ବାଲିଯାତ୍ରାରେ କଟକ ପ୍ରସିଦ୍ଧ ଦହିବରା-ଆଳୁଦମ ଓ ଠୁଙ୍କାପୁରି ଇତ୍ୟାଦି ଖାଦ୍ୟ ବହୁସ୍ଥାନରେ ବିକ୍ରିହୁଏ |
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଫିନାଇଲେଫ୍ରିନ (ଇଂରାଜୀ ଭାଷାରେ Phenylephrine) ଏକ ଔଷଧ ଯାହା ରକ୍ତ ଚାପ ବୃଦ୍ଧି କରିବାକୁ, ମିଡ୍ରିଆସିସ (dilate the pupil), ଡିକଞ୍ଜେସ୍ଟାଣ୍ଟ (decongestant) ନିମନ୍ତେ ଓ ଅର୍ଶ କମ୍ କରିବାକୁ ଦିଆଯାଏ । ଡିକଞ୍ଜେସ୍ଟାଣ୍ଟ ଭାବରେ ମାର୍କେଟରେ ମିଳିଲେ ମଧ୍ୟ ପାଟିରେ ଦିଆଗଲେ, ଆଲର୍ଜିକ ନାକ ପ୍ରଦାହ ରୋଗ ନିମନ୍ତେ ଏହାର ଉପକାର ସ୍ପଷ୍ଟ ହୋଇନାହିଁ । ଏହା ପାଟିରେ, ଶିରା ଓ ମାଂସପେଶୀରେ ଇଞ୍ଜେକସନ ଆକାରରେ ଦିଆଯାଏ ବା ଚର୍ମରେ ଲଗାଯାଏ ।ଫିନାଇଲେଫ୍ରିନ ପାଟିରେ ନେବାପରେ ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟାରେ ଅଇ, ମୁଣ୍ଡବିନ୍ଧା ଓ ଉଦ୍ବେଗ ପ୍ରକାଶ ପାଇପାରେ । ଅର୍ଶ ଚିକିତ୍ସାରେ ଏହା ସହ୍ୟ କରିହୁଏ । ପାର୍ଶ୍ୱ ପ୍ରତିକ୍ରିୟା ସାଂଘାତିକ ହେଲେ ଧୀର ହୃଦ୍ଗତି , ଅନ୍ତନଳୀ ସ୍ୱଳ୍ପ ରକ୍ତହୀନତା, ଆଞ୍ଜାଇନା, ବୃକ୍କ ଫେଲ (kidney failure) ଓ ଇଞ୍ଜେକସନ ନେବା ସ୍ଥାନରେ ତନ୍ତୁ ମୃତ୍ୟୁ (tissue death) ହୋଇପାରେ । ଗର୍ଭାବସ୍ଥା ଓ ସ୍ତନ୍ୟପାନ (breastfeeding) ସମୟରେ ଏହି ଔଷଧର ନିରାପତ୍ତା ବିଷୟ ସ୍ପଷ୍ଟ ହୋଇନାହିଁ । ଫିନାଇଲେଫ୍ରିନ ଏକ ସିଲେକ୍ଟିଭ ଆଡ୍ରେନର୍ଜିକ ରିସେପ୍ଟର ସକ୍ରିୟକାରୀ (selective α1-adrenergic receptor); ତେଣୁ ଧମନୀ (arteries) ଓ ଶିରା (veins) ସଙ୍କୁଚିତ ହୋଇଯାଏ ।ସନ ୧୯୨୭ରେ ଫିନାଇଲେଫ୍ରିନ ପେଟେଣ୍ଟ ହେବାପରେ ସନ ୧୯୩୮ରେ ଡାକ୍ତରୀ ବ୍ୟବହାର ନିମନ୍ତେ ସ୍ୱୀକୃତ ହୋଇଥିଲା । ଏହା ଜେନେରିକ ଔଷଧ ନାମରେ (generic medication) ବିକ୍ରୟ ହୁଏ । ସଂଯୁକ୍ତ ରାଷ୍ଟ୍ରରେ (United Kingdom) ଏନଏଚଏସକୁ (NHS) ଏହାର ଏକ ଭାଏଲ ପିଛା ପ୍ରାୟ ୪ ପାଉଣ୍ଡ ଖର୍ଚ୍ଚ କରିବାକୁ ପଡ଼ୁଥିଲା । ଏହାର ଅପବ୍ୟବହାର ଅତି ସାଧାରଣ ।
ରାଜକୀୟ ସ୍ଟର୍ଶ (ଇଂରାଜୀ ଭାଷାରେ The royal touch ବା (also known as the king's touch)) ଏକ ଚିକିତ୍ସା ପ୍ରଥା ଯେଉଁଥିରେ ଫ୍ରାନ୍ସ (French) ଓ ଇଂଲଣ୍ଡର (English monarchs) ସମ୍ରାଟମାନେ ରାଜ୍ୟର ସବୁ ସ୍ତରର ବିଭିନ୍ନ ରୋଗଗ୍ରସ୍ତ ପ୍ରଜାମାନଙ୍କୁ ଆରୋଗ୍ୟ କରିବାକୁ ନିଜ ହାତର ସ୍ପର୍ଶ ଦେଉଥିଲେ । ଏହି ସ୍ପର୍ଶକୁ ଥମାଟର୍ଜିକ ସ୍ପର୍ଶ (thaumaturgic) କୁହାଯାଉଥିଲା ଓ ଷୋଡ଼ଶ ଶତାବ୍ଦୀ ପରଠାରୁ କାର୍ଯ୍ୟକାରୀ ହେଉଥିଲା; ସାଧାରଣତଃ ବେକରେ ଥିବା ଯକ୍ଷ୍ମାଗ୍ରସ୍ତ ଲସିକା ଗ୍ରନ୍ଥି ପ୍ରଦାହ ଭୋଗୁଥିବା (tuberculous cervical lymphadenitis) ଲୋକମାନଙ୍କୁ ଦିଆଯାଉଥିଲା । ଏହି ରୋଗରେ କ୍ୱଚିତ ମୃତ୍ୟୁ ହେଉଥିଲା ଓ ଅଧିକାଂଶ ସମୟରେ ଏହ ସ୍ୱତଃ ଆରୋଗ୍ୟ (remission) ହେଉଥିବା ଫଳରେ ରାଜାଙ୍କ ସ୍ପର୍ଷଯୋଗୁ ଆରୋଗ୍ୟ ହେଉଥିବା ଧାରଣା ଆସୁଥିଲା । ସମ୍ରାଟମାନେ ଏହି ପ୍ରଥା ପ୍ରୟୋଗଦ୍ୱାରା ରାଜ୍ୟରେ ତାଙ୍କର ନୂତନ ବଂଶର ବୈଧତା (legitimacy) ଓ ରାଜତ୍ୱର ଗରିମା ଦେଖାଉଥିଲେ ।
ମାଟିର ମଣିଷ, କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ରଚିତ ଏକ ଉପନ୍ୟାସ ଅଟେ । ୧୯୩୧ ମସିହାରେ ଏହି ଉପନ୍ୟାସଟିର ପ୍ରଥମ ମୁଦ୍ରଣ କରଯାଇଥିଲା ଏବଂ ୧୯୭୬ ସୁଦ୍ଧା ଏହା ବତିଶ ଥର ମୁଦ୍ରିତ ହୋଇଥିଲା । ୧୯୭୬ ପରଠାରୁ ଦୀର୍ଘ ତିନି ଦଶନ୍ଧି ଧରି ଏହାର ପୁନଃମୁଦ୍ରଣ ହୋଇପାରିନଥିଲା । ପରେ ୨୦୦୪ ମସିହାରେ କାଳିନ୍ଦୀଚରଣଙ୍କ ପୁତ୍ର ତୁଷାରରଞ୍ଜନ ପାଣିଗ୍ରାହୀଙ୍କ ଅନୁମତି କ୍ରମେ ପୁଣି ଥରେ ଏହାର ଏକ ସଚିତ୍ର ସଂସ୍କରଣ ପ୍ରକାଶିତ ହୋଇଥିଲା । ମାଟିର ମଣିଷ ଉପନ୍ୟାସରେ ସିଲହୋଏଟ୍ ଧରଣର ଚିତ୍ର ସ୍ଥାନ ପାଇଛି (ଏହି ଧରଣର ଛବିରେ ରଙ୍ଗ ବା ବସ୍ତୁର ବହୁଳତା ନଥାଏ) । ମାଟିର ମଣିଷ ଉପନ୍ୟାସ ପାଇଁ ଗୋପାଳ ଚରଣ କାନୁନ୍ଗୋ ଏହି ଚିତ୍ର ଗୁଡ଼ିକ ଆଙ୍କିଥିଲେ । ୧୯୫୯ ସଂସ୍କରଣ ସମୟରେ ଏହି ଉପନ୍ୟାସର ମୂଲ୍ୟ ମାତ୍ର ଏକ ଟଙ୍କା ଚାରି ଅଣା ବା ୧.୨୫ ନୂଆପଇସା ଥିଲା । ସେତେବେଳେ ଏହା ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦଦ୍ୱାରା ଅଷ୍ଟମ ଶ୍ରେଣୀର ଅତିରିକ୍ତ ସାହିତ୍ୟ ରୂପେ ଅନୁମୋଦିତ ହୋଇଥିଲା ।ମାଟିର ମଣିଷ ଉପନ୍ୟାସ ବିଷୟରେ କହିବାପାଇଁ ଯାଇ ଉପନ୍ୟାସର ଉତ୍ସର୍ଗ ପୃଷ୍ଠାରେ କାଳିନ୍ଦୀ ଚରଣ ଲେଖିଛନ୍ତି: ଦୁନିଆର ହାଟେ କୋଟି ହୀରା ନୀଳା ମଣି-ମାଣିକର ତୁଲ, ମାଟିର ପିତୁଳା ଗଢି ରଖିଦେଲି କିଏ ପଚାରିବ ମୂଲ !
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ବନମାଳୀ ଦାସ (୧୭୨୦-୧୭୯୩) ଜଣେ ଓଡ଼ିଆ ଭକ୍ତି କବି । "ଦୀନବନ୍ଧୁ ଦଇତାରୀ" , "କେତେ ଛନ୍ଦ ଜାଣେ ଲୋ ସହି" ଓ "ମଣିମା ହେ ଏତିକି ମାଗୁଣି ମୋର" ଆଦି ତାଙ୍କର କେତୋଟି ଜଣାଶୁଣା ରଚନା ଓ ଓଡ଼ିଶୀ ସଙ୍ଗୀତରେ ବ୍ୟବହୃତ । ତାଙ୍କ ଲୋକପ୍ରିୟ ଗୀତସବୁ ପର୍ବପର୍ବାଣୀ, ଜନସମାଗମ ସ୍ଥଳ ଓ ଓଡ଼ିଶୀ ସଙ୍ଗୀତରେ ବୋଲାଯାଇଥାଏ । ସେ ମଧ୍ୟଯୁଗୀୟ ଓଡ଼ିଆ ଭକ୍ତି-ସାହିତ୍ୟର ଆଦି କବି ଭାବେ ଜଣା । ପ୍ରାରମ୍ଭିକ ଭାବେ କେବଳ ପ୍ରେମ କାବ୍ୟ ରଚନା ଆରମ୍ଭ କରିଥିଲେ ମଧ୍ୟ ପରେ ତାଙ୍କ ରଚନାଗୁଡ଼ିକ ଅଧିକ ଲୋକାଦୃତି ଲାଭ କରିଥିଲା ଓ ସେ ନିଜ ସମକାଳୀନ କବିମାନଙ୍କ ମଧ୍ୟରେ ଜଣାଶୁଣା ଥିଲେ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ହିମାଳୟ ପର୍ବତଶ୍ରେଣୀ ବା ହିମାଳୟ ପର୍ବତମାଳା ବା କେବଳ ହିମାଳୟ (ଇଂରାଜୀରେ Himalayas) ଏସିଆ ମହାଦେଶର ଏକ ପର୍ବତଶ୍ରେଣୀ ଯାହା ଭାରତୀୟ ଉପମହାଦେଶ ଓ ତିବ୍ବତୀୟ ମାଳଭୂମି ମଧ୍ୟରେ ଅବସ୍ଥିତ । ପୃଥିବୀର ଅନେକ ଉଚ୍ଚ ଗିରିଶୃଙ୍ଗ ଏହି ପର୍ବତମାଳାର ଅଂଶବିଶେଷ । ତନ୍ମଧ୍ୟରୁ ବିଶ୍ୱର ସର୍ବୋଚ୍ଚ ଗିରିଶୃଙ୍ଗ ଏଭେରେଷ୍ଟ୍ ଅନ୍ୟତମ । ହିମାଳୟ ପର୍ବତମାଳାରେ ୫୦ରୁ ଅଧିକ ପର୍ବତ ରହିଛି ଯାହାର ସମୁଦ୍ରପତନରୁ ଉଚ୍ଚତା ୭୨୦୦ ମିଟର୍ ବା ତତୋଧିକ । ୮୦୦୦ ମିଟର୍ରୁ ଉଚ୍ଚ ୧୪ଟି ଶୃଙ୍ଗ ମଧ୍ୟରୁ ୧୦ଟି ହିମାଳୟରେ ରହିଛି । ଏସିଆ ବାହାରେ ରହିଥିବା ସର୍ବୋଚ୍ଚ ଗିରିଶୃଙ୍ଗ ହେଉଛି ଆଣ୍ଡିଜ୍ ପର୍ବତମାଳାର ଆକାଙ୍କାଗୁଆ (୬୯୬୧ ମିଟର୍) ।ଭାରତୀୟ ପ୍ଲେଟ୍ ସଞ୍ଚାଳିତ ହୋଇ ୟୁରେସିଆ ପ୍ଲେଟ୍ ସହିତ ଧକ୍କା ହେବା ପରେ ଦୁଇଟି ପ୍ଲେଟ୍ ଯଥାକ୍ରମେ ନିମ୍ନ ଓ ଉର୍ଦ୍ଧ୍ୱଗାମୀ ହେଲେ ଓ ସେଥିରୁ ହିମାଳୟ ସୃଷ୍ଟି ହୋଇଥିଲା । ହିମାଳୟ ପର୍ବତମାଳା ପଶ୍ଚିମ-ଉତ୍ତରପଶ୍ଚିମ ଓ ପୂର୍ବ-ଦକ୍ଷିଣପୂର୍ବ ଦିଗରେ ୨୪୦୦ କିଲୋମିଟର୍ ବ୍ୟାପ୍ତ ଏକ ବିଶାଳ ତୋରଣ ପରି । ହିମାଳୟର ପଶ୍ଚିମସୀମା ହେଉଛି “ନଙ୍ଗା ପର୍ବତ”, ଯାହା ସିନ୍ଧୁ ନଦୀର ଉତ୍ତରତମ ବାଙ୍କର ଠିକ୍ ଦକ୍ଷିଣପଟକୁ ଅବସ୍ଥିତ । ହିମାଳୟର ପୂର୍ବ ସୀମା “ନାମ୍ଚା ବରୁଆ” ୟାର୍ଲୁଂ ତ୍ସାଂଗପୋ ନଦୀର (ନିଜର ଉପରମୁଣ୍ଡରେ ବ୍ରହ୍ମପୁତ୍ର ନଦୀ ଏହି ନାମରେ ଜଣାଶୁଣା) ବଡ଼ ବାଙ୍କର ଠିକ୍ ପଶ୍ଚିମ ପଟକୁ ରହିଛି । ହିମାଳୟର ଉତ୍ତର-ପୂର୍ବ ଦିଗକୁ କାରାକୋରମ୍ ଓ ହିନ୍ଦୁକୁଶ ପର୍ବତଶ୍ରେଣୀ ରହିଛନ୍ତି । ୫୦-୬୦ କିଲୋମିଟର୍ ପ୍ରସ୍ଥ ବିଶିଷ୍ଟ “ଇଣ୍ଡସ୍-ତ୍ସାଙ୍ଗପୋ ସୁଚ୍ୟର୍” ନାମକ ଟେକ୍ଟୋନିକ୍ ଉପତ୍ୟକା ହିମାଳୟର ଉତ୍ତରାଂଶକୁ ତିବ୍ବତୀୟ ମାଳଭୂମିଠାରୁ ବିଚ୍ଛିନ୍ନ କରୁଛି । ହିମାଳୟ ବଳୟର ଦକ୍ଷିଣ ପଟକୁ ଗାଙ୍ଗେୟ ସମତଳ ଭୂମି ଅବସ୍ଥିତ । ପଶ୍ଚିମ ପାକିସ୍ତାନରେ ହିମାଳୟ ପର୍ବତଶ୍ରେଣୀର ପ୍ରସ୍ଥ ୩୫୦ କି.ମି. ହୋଇଥିବା ବେଳେ ପୂର୍ବରେ (ଅରୁଣାଚଳ ପ୍ରଦେଶ) ଏହାର ପ୍ରସ୍ଥ ପ୍ରାୟ ୧୫୦ କି.ମି.
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଚନ୍ଦ୍ରଗୁପ୍ତ ଓ ବିନ୍ଦୁସାରଙ୍କ ରାଜତ୍ୱ କାଳରେ କଳିଙ୍ଗ ଏକ ଶକ୍ତିଶାଳୀ ଓ ସ୍ୱାଧୀନ ରାଷ୍ଟ୍ର ଥିଲା । କିନ୍ତୁ ଅଶୋକ ରାଜ୍ୟାଭିଷେକର ଅଷ୍ଟମବର୍ଷରେ ଅର୍ଥାତ ଖ୍ରୀ.ପୂ:୨୬୧ରେ କଳିଙ୍ଗ ଆକ୍ରମଣ କରି ଜୟଲାଭ କରିଥିଲେ । ତାଙ୍କର ତ୍ରୟୋଦଶ ଶିଳାନୁଶାସନରେ କଳିଙ୍ଗ ଯୁଦ୍ଧର ରୋମାଞ୍ଚକର ବିଭୀଷିକା ବର୍ଣ୍ଣିତ ହୋଇଛି । ଏହି ଯୁଦ୍ଧରେ ଏକଲକ୍ଷ ଲୋକ ନୀହତ ହୋଇଥିଲେ । ଦେଢ଼ଲକ୍ଷ ଲୋକ ବନ୍ଦୀହୋଇ ଦେଶାନ୍ତରକୁ ପ୍ରେରିତ ହୋଇଥିଲେ ଏବଂ ପ୍ରାୟ ସେହି ସଂଖ୍ୟକ ବ୍ୟକ୍ତି ଯୁଦ୍ଧ ପର ଅବସ୍ଥାରେ ଆହାତ , ରୋଗାକ୍ରାନ୍ତ କିମ୍ବା ବୁଭୁକ୍ଷୁ ହୋଇ ମୃତ୍ୟୁମୂଖରେ ପଡ଼ିଥିଲେ । କଳିଙ୍ଗ ଯୁଦ୍ଧ ବୌଦ୍ଧ ଧର୍ମ ତଥା ପୃଥିବୀର ଇତିହାସରେ ଏକ ଯୁଗାନ୍ତକାରୀ ଘଟଣା । ଏହି ଯୁଦ୍ଧର ଦାରୁଣ ପରିଣତି ଅଶୋକଙ୍କ ମନରେ ଗଭୀର ଦୁଃଖ ଓ ଅନୁତାପ ଜାତ କରିଥିଲା । ହିଂସା ପ୍ରଣୋଦିତ ତରବାରିର ଜୟ ଜୟ ନୁହେଁ, ମାନବ-ହୃଦୟକୁ ଜୟ କରିବା ହିଁ ପ୍ରକୃତ ଜୟ ବୋଲି ଅନୁଭବ କରି ଅଶୋକ ଅସ୍ତ୍ର ପରିତ୍ୟାଗ କଲେ । ଉପଗୁପ୍ତ ନାମକ ଜଣେ ବୌଦ୍ଧ ସନ୍ନ୍ୟାସୀଙ୍କ ସଂସ୍ପର୍ଶରେ ଆସି ଅଶୋକ ବୌଦ୍ଧ ଧର୍ମ ଗ୍ରହଣ କରିଥିଲେ । ଏହା ପରେ ସତ୍ୟ ଓ ଅହିଂସା ବଳରେ ସେ ମାନବ ହୃଦୟକୁ ଜୟ କରିବା ପାଇଁ ଆତ୍ମ ନିୟୋଗ କଲେ । ସେ ନିଜ ବିଜୟ ପରେ ସୁନ୍ଦର ଭାବେ ଗଢି ତୋଳିଲେ ଓ ନିଜ ସାମ୍ରାଜ୍ୟରେ ମିଶେଇ ଥିଲେ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ରାମ ଜନ୍ମଭୂମି ବିବାଦ ବା ରାମ ଜନ୍ମଭୂମି-ବାବ୍ରି ମସଜିଦ ବିବାଦ ହେଉଛି ଭାରତର ଏକ ରାଜନୈତିକ, ଐତିହାସିକ ତଥା ସାମାଜିକ-ଧାର୍ମିକ ବିବାଦ । ଏହି ବିବାଦର ମୂଳ କାରଣ ହେଉଛି ଉତ୍ତରପ୍ରଦେଶର ଅଯୋଧ୍ୟାରେ ସ୍ଥିତ ୨ ଏକର ୭୭ ଡେସିମିଲ ଜମି ଉପରେ ମାଲିକାନାକୁ ନେଇ ବିବାଦ । ଏହି ବିବାଦିତ ଜମିକୁ ନେଇଁ ହିନ୍ଦୁ, ମୁସଲିମ ଏବଂ ନିର୍ମୋହି ଆଖାଡା ତରଫରୁ ବିବାଦ ଦେଖାଦେଇଥିଲା । ବିବାଦିତ ସ୍ଥଳକୁ ପ୍ରଭୁ ଶ୍ରୀରାମଙ୍କ ଜନ୍ମଭୂମି ଏବଂ ରାମ ମନ୍ଦିରକୁ ଭାଙ୍ଗି ମସଜିଦ କରାଯାଇଛି ବୋଲି ହିନ୍ଦୁମାନେ ଦାବୀ କରିବା ସହ ତଥା କଥିତ ଭଗ୍ନ ରାମ ମନ୍ଦିର ସ୍ଥଳରେ ଏକ ନୂତନ ରାମ ମନ୍ଦିର ଗଢିବାକୁ ଅଡିବସିଥିଲା ବେଳେ ବର୍ତ୍ତମାନ ସେଠାରେ ଏକ ମସଜିଦ ଥିବାରୁ ମୁସଲମାନ ଗୋଷ୍ଠୀ ଏହି ନୂତନ ରାମ ମନ୍ଦିର ନିର୍ମାଣକୁ ବିରୋଧ କରୁଥିଲେ ।
କ୍ଲାଉଡ଼ ଟେକ୍ନୋଲୋଜି ଏକ ଇଣ୍ଟରନେଟଦ୍ୱାରା ପ୍ରଚଳିତ ଟେକ୍ନୋଲୋଜି । ଏହାକୁ ଅନ୍ ଡିମାଣ୍ଡ କମ୍ପ୍ୟୁଟିଙ୍ଗ ମଧ୍ୟ କୁହାଯାଏ । ଏଠାରେ ଡାଟା ଓ ରିସୋରସ୍ ଗୁଡିକ ଏକ ଗ୍ରୁପ୍ ମଧ୍ୟରେ ଯୋଡି ହୋଇଥିବା କମ୍ପୁଟର ସହିତ ବଣ୍ଟନ କରାଯାଇଥାଏ । ଏକ ଗ୍ରୁପ୍ରେ ଯୋଡିହୋଇରହିଥିବା କମ୍ପୁଟର ମାନଙ୍କୁ ଏକ ସମୂହକୁ ଏହି ଡାଟା ଏବଂ ରିସୋରସ୍ ସବୁ ଦେଖିପାରିବେ । କ୍ଲାଉଡ୍ କମ୍ପୁଟିଂଗ୍ ଓ ଷ୍ଟୋରେଜ୍ ସଲୟୁସନ୍ କ୍ଲାଉଡ୍ ଟେକ୍ନୋଲଜି ବ୍ୟବହାରକାରିଙ୍କୁ ଓ ସଂସ୍ଥା ମାନଙ୍କୁ ଷ୍ଟୋରେଜ୍ ପାଇଁ ଜାଗା ପ୍ରଦାନ କରେ ଓ ଥାର୍ଡ ପାର୍ଟି ଡାଟା ସେଣ୍ଟର୍ଦ୍ୱାରା ତାଙ୍କର ଷ୍ଟୋର କରିଥିବା ଡାଟାକୁ ପ୍ରକ୍ରିୟା କରିବାର କ୍ଷମତା ଦିଏ । କ୍ଲାଉଡ୍ ଟେକ୍ନୋଲାଜି ନେଟୱର୍କିଂ ପାଇଁ ଏକ ଆଦର୍ଶ । ଏହା ସର୍ବବ୍ୟପୀ, ସୁବିଧାଜନକ, ଓ ଅନ୍-ଡିମାଣ୍ଡରେ (ଆବଶ୍ୟକତା ଅନୁସାରେ) ଏକ ନେଟୱର୍କ୍-କମ୍ପୁଟର ରିସୋର୍ସକୁ ନିଜର କ୍ଲାଉଡ୍ର ରିସୋର୍ସ୍ ବ୍ୟବହାର କରିବାର ଅନୁମତି ଓ ସୁବିଧା ମଧ୍ୟ ପ୍ରଦାନ କରିଥାଏ । ବଦଳ କରିହେଉଥିବା କମ୍ପ ରେସୋର୍ସ୍ ନେଟ୍ୱର୍କ, ସର୍ଭର, ଷ୍ଟୋରେଜ, ଆପ୍ଲିକେସନ୍ ଓ ସର୍ଭିସ୍ର ଏକ ସମୁହ । ଏହାକୁ ଅତି ଶୀଘ୍ର ଭାବରେ ଅଳ୍ପ ଖର୍ଚରେ ମ୍ୟନେଜ୍ କରିହୁଏ । ପ୍ରସ୍ତାବକ ଏହା ଦାବୀ କରନ୍ତି ଯେ କ୍ଲାଉଡ କମ୍ପ୍ୟୁଟିଙ୍ଗ୍ ବଡ ବଡ ଅନୁଷ୍ଠାନ ମାନଙ୍କୁ ନିଜର ପରିକଳ୍ପନା ଉପରେ ନିଜର ଧ୍ୟାନ କନ୍ଦ୍ରିତ କରି ଇନ୍ଫାଷ୍ଟ୍ରକ୍ଚର ଖର୍ଚ କମ କରିବାରେ ସାହଜ୍ୟ କରିଥାଏ । ଏହି ଅନୁଷ୍ଠାନ ଗୁଡିକ ଏହା ମଧ୍ୟ ଦାବି କରନ୍ତି ଯେ ଉଦ୍ୟୋଗ କର୍ମୀ ମାନଙ୍କ ପାଇଁ ତାଙ୍କର ଆପ୍ଲିକେସନକୁ ଦ୍ରୁତ ଗତିରେ ଚଳାଇବା ପାଇଁ ଓ ଅଧିକ ସୁବିଧାରେ ଓ କମ୍ ଭରଣପୋଷଣ କରି ଚଳାଇରଖିବାକୁ କ୍ଲାଉଡ ଟେକ୍ନୋଲଜି ସୁବିଧା ପ୍ରଦାନ କରେ । ଆଇ.ଟିର ଦ୍ରୁତଗତିରେ ବୃଦ୍ଧି ହେଉଥିବା ବେଳେ ବ୍ୟବସାୟ ଡିମାଣ୍ଡ ଓ ବୃଦ୍ଧି-ହ୍ରାସକୁ ସଠିକ୍ ଭାବରେ ବ୍ୟବସ୍ଥିତ କରିବା ପାଇଁ ମଧ୍ୟ କ୍ଲାଉଡ୍ ଟେକ୍ନୋଲଜି ସହଜୋଗ କରିଥାଏ ।
କାର୍ତ୍ତିକ ପୂର୍ଣ୍ଣିମା, ରାସ ବା ରାସ ପୂର୍ଣ୍ଣିମା ନାମରେ ମଧ୍ୟ ପରିଚିତ । ଓଡ଼ିଶାର ଆଚାର ବିଚାର, ଚାଲିଚଳଣି ତଥା ଧର୍ମୀୟ ଭାବନା ସହିତ ଏହି ପର୍ବ ଜଡ଼ିତ । ଉତ୍କଳର ପ୍ରାଚୀନ ଇତିହାସ ଓ ଖ୍ରୀଷ୍ଟପୂର୍ବୀୟ କାଳରେ ଓଡ଼ିଶାରେ ନୌବାଣିଜ୍ୟ ଦୃଷ୍ଟିକୋଣରୁ ଏହି ପର୍ବର ବୈଶିଷ୍ଟ୍ୟ ରହିଛି ।ଏହି ପର୍ବରେ ଦୁର୍ଗାଙ୍କ ଶାରଦୀୟ ବନ୍ଦନା ପରେପରେ ଚନ୍ଦ୍ର ଏବଂ କାଳୀଙ୍କ ଆରାଧନା କରାଯାଏ । ଦେବ ସେନାପତି ଚିର କୁମାର କାର୍ତ୍ତିକେୟଙ୍କ ଆରାଧନା ଏହି ମାସରେ ସମ୍ପାଦିତ ହୁଏ ଓଡ଼ିଶାର ପୁରପଲ୍ଲୀରେ ।
ସମ୍ବିଧାନର ଧାରା ୩୭୦ ଜାମ୍ମୁ-କାଶ୍ମୀର ରାଜ୍ୟକୁ ଏକ ବିଶେଷ ରାଜ୍ୟର ମାନ୍ୟତା ଦେଇଥିଲା । ସମ୍ବିଧାନର ଭାଗ ୨୧ "ବିଶେଷ ଓ ସମାୟିକ ପ୍ରାବଧାନ" ଅନ୍ତର୍ଭୁକ୍ତ ଧାରା ୩୭୦ଦ୍ୱାରା ଜାମ୍ମୁ କାଶ୍ମୀର ରାଜ୍ୟକୁ ବିଶେଷ ରାଜ୍ୟର କ୍ଷମତା ମିଳିଥିଲା । ଏହା ଯୋଗୁଁ ଜାମ୍ମୁ-କାଶ୍ମୀର ରାଜ୍ୟର ନିଜସ୍ୱ ସମ୍ବିଧାନ ତଥା ଜାତୀୟ ପତାକା ରହିଥିଲା । ଏହି ଧାରା ଜାମ୍ମୁ-କାଶ୍ମୀରର ସମ୍ବିଧାନ ପ୍ରଣୟନ ସଭାକୁ ଭାରତୀୟ ସମ୍ବିଧାନର ଯେ କୌଣସି ପ୍ରାବଧାନ ଜାମ୍ମୁ-କାଶ୍ମୀର ପ୍ରତି ପ୍ରଯୁଜ୍ୟ କରିବା କିମ୍ବା ଧାରା ୩୭୦କୁ ସମ୍ପୂର୍ଣ୍ଣ ଭାବେ ନିଷିଦ୍ଧ କରିବାର କ୍ଷମତା ଦେଇଥିଲା । କିନ୍ତୁ ଜାମ୍ମୁ-କାଶ୍ମୀର ସମ୍ବିଧାନ ପ୍ରଣୟନ ସଭା ଏହି ଧାରାକୁ ନିଷିଦ୍ଧ କରିବା ପୂର୍ବରୁ ହିଁ ଭଙ୍ଗ କରିଦିଆଯାଇଥିଲା । ଫଳରେ ଏହି ଧାରା ଭାରତୀୟ ସମ୍ବିଧାନ ଏକ ସ୍ଥାୟୀ ଅଙ୍ଗ ରୂପେ ଗୃହୀତ ହୋଇଥିଲା । ଏହି ଧାରାକୁ ୨୦୧୯ ଅଗଷ୍ଟ ୫ ତାରିଖରୁ ନିଷିଦ୍ଧ କରିଦିଆଯାଇଛି । ରାଷ୍ଟ୍ରପତି ରାମ ନାଥ କୋବିନ୍ଦ ଅଗଷ୍ଟ ୫ ଦିନ ଏକ ଆଦେଶନାମା ଜାରୀ କରି ପୂର୍ବତନ ସମସ୍ତ ଆଦେଶକୁ ନାକଚ କରିବା ସହ ଭାରତୀୟ ସମ୍ବିଧାନର ସମସ୍ତ ନିୟମ ଜାମ୍ମୁ-କାଶ୍ମୀର ପ୍ରତି ପ୍ରଯୁଜ୍ୟ ହେବ ବୋଲି ଘୋଷଣା କରିଥିଲେ । ସଂସଦର ଅନୁମୋଦନ ପରେ ସେ ଧାରା ୩୭୦ର ସମସ୍ତ ନିୟମ ଅଚଳ ହେବାର ଘୋଷଣା କରିଥିଲେ ।
ଆଲବର୍ଟ ଆଇନଷ୍ଟାଇନ (ଜନ୍ମ: ୧୪ ମାର୍ଚ୍ଚ ୧୮୭୯) ଜଣେ ଜର୍ମାନ ନୋବେଲ ପୁରସ୍କାର ବିଜେତା ଯିଏ ସାଧାରଣ ଆପେକ୍ଷିକ ତତ୍ତ୍ୱ ତିଆରି କରିଥିଲେ ଯାହା ଭୌତିକ ବିଜ୍ଞାନରେ ବିପ୍ଳବ ସୃଷ୍ଟି କରିଥିଲା । ଏଥିପାଇଁ ତାଙ୍କୁ ଆଧୁନିକ ଭୌତିକ ବିଜ୍ଞାନର ଜନକ କୁହାଯାଏ । ସେ ଆପେକ୍ଷିକ ତତ୍ତ୍ୱ ଏବଂ ବସ୍ତୁତ୍ୱ ଶକ୍ତି ସମୀକରଣ E = mc2 ପାଇଁ ସବୁଠୁ ଅଧିକ ଜଣାଶୁଣା ଥିଲେ । ତାଙ୍କୁ ସୈଦ୍ଧାନ୍ତିକ ଭୌତିକ ବିଜ୍ଞାନ, ବିଶେଷତଃ ଆଲୋକ-ବିଦ୍ୟୁତ ବିକିରଣର ସନ୍ଧାନ ପାଇଁ ୧୯୨୧ରେ ନୋବେଲ୍ ପୁରସ୍କାର ପ୍ରଦାନ କରା ଗଲା । ଆଇନଷ୍ଟାଇନ ଆପେକ୍ଷିକତାର ବିଶେଷ ଏବଂ ସାଧାରଣ ସିଦ୍ଧାନ୍ତ ସହିତ ଅନେକ ଯୋଗଦାନ ଦେଇଛନ୍ତି । ସେ ୧୮ ଅପ୍ରେଲ ୧୯୫୫ରେ ମୃତ୍ୟୁବରଣ କରିଥିଲେ ।
କଳାହାଣ୍ଡି (ଆଞ୍ଚଳିକ ଭାଷାରେ କଳାହାନି ମଧ୍ୟ କୁହାଯାଇଥାଏ) ଓଡ଼ିଶାର ପଶ୍ଚିମାଞ୍ଚଳରେ ଅବସ୍ଥିତ ଏକ ଜିଲ୍ଲା । ଏହା ଏକ ପୁରାତନ ସଭ୍ୟତାର ମୂଳକେନ୍ଦ୍ର ଭାବରେ ବିବେଚିତ । ପ୍ରତ୍ନତତ୍ତ୍ୱ ପ୍ରମାଣ ଅନୁସାରେ ଏଠାରେ ପ୍ରସ୍ତର ଯୁଗ ଓ ଲୌହ ଯୁଗର ମାନବ ବସତିର ସୂଚନା ମିଳିଥାଏ ।ଅସୁରଗଡ଼ଠାରେ ୨୦୦୦ ବର୍ଷ ଆଗରୁ ଏକ ଉନ୍ନତ ଓ ସଭ୍ୟ ସହର ଜନ ବସତି ଥିବା ଜଣାଯାଏ ।ଆଗ କାଳରେ ଏହା ମହାକାନ୍ତର (ଅର୍ଥ ବିଶାଳ ଜଙ୍ଗଲ) ଓ କାରୁଣ୍ଡା ମଣ୍ଡଳ (କାରୁଣ୍ଡାର ଅର୍ଥ ମାଣିକ) ଭାବରେ ଜଣା ଥିଲା ଯାହା ଏଠାରେ ମାଣିକ, ଲାଲ ପଥର, ବେରୁଜ, ନୀଲମ, ଓ ଆଲେକଜାଣ୍ଡ୍ରା ଆଦି ମିଳୁଥିବାର ଜଣାଯାଏ । ମାଣିକେଶ୍ୱରୀ (ମାଣିକର ଠାକୁରାଣୀ) କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ଯାହାଙ୍କ ଉପସ୍ଥିତି ଏହି ଜିଲ୍ଲାର ଇତିହାସ ସହ ଯୋଡ଼ା । ଏହା ଫିରିଙ୍ଗି ଶାସନ କାଳରେ ଏକ ରାଜ ଶାସନାଧୀନ ରାଜ୍ୟ ଥିଲା ଓ କଳାହାଣ୍ଡି ଜିଲା "କଳାହାଣ୍ଡି" ଓ ନୂଆପଡ଼ାକୁ ନେଇ ତିଆରି ହୋଇଥିଲା । ୧୯୬୭ରେ, ଶାସନର ସୁବିଧା ନିମନ୍ତେ କଳାହାଣ୍ଡିର କାଶୀପୁର ବ୍ଲକ ରାୟଗଡ଼ା ଜିଲ୍ଲାକୁ ସ୍ଥାନାନ୍ତର କରାଗଲା । ୧୯୮୦ରେ, କଳାହାଣ୍ଡିର ନାମ ପଛୁଆ ଓ ଅନାହାର ମୃତ୍ୟୁ ସହ ଯୋଡ଼ାଗଲା । ତେବେ ଏସବୁ ସତ୍ତ୍ୱେ ବି ଇତିହାସ, ଚାଷ ବାସ, ବନ ସମ୍ବଳ, ମୁଲ୍ୟବାନ ପଥର, ବକ୍ସାଇଟ, ଲୋକନାଟ, ହାତକାମ ଓ କଳାରେ ଏହା ଏକ ସମୃଦ୍ଧ ଜିଲ୍ଲା । ୧୯୯୩ରେ, ନୂଆପଡ଼ା ସଦର ମହକୁମା ଏକ ଅଲଗା ଜିଲ୍ଲା ଭାବରେ ଗଢ଼ାଗଲା, କିନ୍ତୁ କଳାହାଣ୍ଡି ଲୋକ ସଭା ନିର୍ବାଚନ ମଣ୍ଡଳୀରେ ଏବେ ଯାଏଁ ବି କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲା ଅଛି।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଉଇକିଡାଟା ସମ୍ମିଳିତ ଭାବେ ପ୍ରସ୍ତୁତ ବଦଳଯୋଗ୍ୟ ଏକ ଜ୍ଞାନ ଭଣ୍ଡାର ଯାହା ଉଇକିମିଡ଼ିଆ ସଂସ୍ଥାଦ୍ୱାରା ପରିଚାଳିତ ହେଉଅଛି । ଏହାର ଲକ୍ଷ୍ୟ ହେଉଛି କେତେକ ତଥ୍ୟ ନେଇ ଗୋଟିଏ ସାଧାରଣ ସ୍ରୋତ ତିଆରି କରିବା ଯାହା ଉଇକିମିଡ଼ିଆର ପରିକଳ୍ପନା ଯେପରି ଉଇକିପିଡ଼ିଆରେ ବ୍ୟବହୃଉତ ହେଇପାରିବ । ଉଇକିଡାଟା ଉଇକିକମନ୍ସ ଭଳି ଏକ ଉଇକିମିଡ଼ିଆ ପ୍ରକଳ୍ପ । ଉଇକିକମନ୍ସ୍ ଯେପରି ଛବି, ଭିଡିଓ, ଓ ଅନ୍ୟାନ୍ୟ ମିଡ଼ିଆ ଫାଇଲ୍ ପାଇଁ ଷ୍ଟୋରେଜ ପ୍ରଦାନ କରେ ସେହିପରି ଉଇକିଡାଟା କେତେକ ତଥ୍ୟ ପାଇଁ ଷ୍ଟୋରେଜ୍ ପ୍ରଦାନ କରେ । ଉଇକିଡାଟା ଉଇକିବେସ୍ଦ୍ୱାରା ତାର ସାମର୍ଥ୍ୟ ପାଇଛି ।
ଇଲୋକ୍ଟ୍ରୋନିକ ମେଲ ବା ଡାକ, ସାଧାରଣତଃ ଇମେଲ ବୋଲି ୧୯୯୩ ମସିହାରୁ ଜଣାଯାଏ । ଏହାଦ୍ୱାରା ଇଣ୍ଟରନେଟ ମାଧ୍ୟମରେ ଗୋଟିଏ ବ୍ୟବହାରକାରୀ ଅନ୍ୟ ଏକ ବ୍ୟବହାରକାରୀକୁ ବାର୍ତ୍ତା, ରେକର୍ଡ କରାଯାଇଥିବା ବାର୍ତ୍ତା, ଛବି , ଭିଡିଓ ଆଦି ପଠାଇ ପାରିବ । ପୂର୍ବରୁ ତତ୍-କ୍ଷଣାତ ବାର୍ତ୍ତାବାହ ଭଳି ବାର୍ତ୍ତା ପଠାଳୀ ଓ ବାର୍ତ୍ତା ଗ୍ରହଣକାରୀ ଦୁଇ ଜଣକୁ ଏକା ସମୟରେ ଅନଲାଇନ ରହିବାକୁ ପଡୁଥିଲା । କିନ୍ତୁ ବର୍ତ୍ତମାନ store-and-forward (ସଞ୍ଚୟ କରି ଆଗକୁ ବଢିବା) ପ୍ରକ୍ରିୟାକୁ ଆଧାରିତ କରି ପ୍ରସ୍ତୁତ କରାଯାଇଥିବାରୁ ଏକ ସମୟରେ ଦୁଇ ଜଣଙ୍କୁ ଅନଲାଇନ ରହିବା ଆବଶ୍ୟକ ପଡୁନାହିଁ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
କମଳା ଦାସ (ଜନ୍ମ: ୧୬ ଅଗଷ୍ଟ ୧୯୪୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଜନତା ଦଳର ଜଣେ କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ, ମାତ୍ର ପରବର୍ତ୍ତୀ ସମୟରେ ବିଜୁ ଜନତା ଦଳର ଗଠନ ପରେ ସେ ବିଜେଡ଼ିରେ ଯୋଗ ଦେଇଥିଲେ ଏବଂ ପରେ ବିଜେଡ଼ି ଛାଡ଼ି ଭାରତୀୟ ଜାତୀୟ କଂଗ୍ରେସରେ ଯୋଗ ଦେଇଥିଲେ ଓ ୨୦୧୪ ମସିହାରେ ପୁଣି କଂଗ୍ରେସ ଛାଡ଼ି ବିଜେଡ଼ିରେ ଯୋଗ ଦେଇଥିଲେ । କମଳା ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟିକା ଭାବରେ କାର୍ଯ୍ୟ କରିବା ସହ ଜଣେ ମନ୍ତ୍ରୀ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ ।କମଳା ୧୯୯୦ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଜନତା ଦଳର ପ୍ରତିନିଧି ଭାବରେ ନିର୍ବାଚନରେ ବିଜୟୀ ହୋଇ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହାପରେ ସେ ୧୯୯୫ ଓଡ଼ିଶା ବିଧାନ ସଭା ନିର୍ବାଚନରେ ପୁଣିଥରେ ଜନତା ଦଳର ପ୍ରତିନିଧି ଭାବରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ବିଜୟୀ ହୋଇ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ପରେ ସେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ୨୦୦୦ ମସିହାରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀ ଆସନରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।କମଳା ୧୦ମ ଓଡ଼ିଶା ବିଧାନ ସଭାରେ ବିଜୁ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ୧୯୯୦ରୁ ୧୯୯୫ ଯାଏଁ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ଏବଂ ପୁଣିଥରେ ୧୨ଶ ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ଜଣେ ମନ୍ତ୍ରୀ ଭାବରେ ୨୦୦୦ ମସିହାରୁ ୨୦୦୧ ମସିହାଯାଏଁ କାର୍ଯ୍ୟ କରିଥିଲେ ।
ସୁରମା ପାଢ଼ୀ (ଜନ୍ମ: ୨୯ ଡିସେମ୍ବର ୧୯୬୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟି ରାଜନୈତିକ ଦଳ ସହ ସଂପୃକ୍ତ ଅଛନ୍ତି । ସୁରମା ଓଡ଼ିଶା ବିଧାନ ସଭାକୁ ଜଣେ ବିଧାୟିକା ଭାବରେ ନିର୍ବାଚିତ ହୋଇଥିଲେ । ୨୦୦୪ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ଆଇଓଏସ(ଆଇଫୋନ୍ ଓଏସ୍) ଆପଲ କମ୍ପାନିର ଏକ ଉତ୍ପାଦ , ଏକ ମୋବାଇଲ ଅପରେଟିଙ୍ଗ ସିଷ୍ଟମ , ଯାହାକି କେବଳ ଆପଲ ହାର୍ଡୱେୟାର ପାଇ ବିତରଣ କରାଯାଇଥାଏ । ବଜାରରେ ଆଣ୍ଡ୍ରଏଡ ଅପରେଟିଙ୍ଗ ସିଷ୍ଟମ ପରେ ଏହା ପୃଥିବୀରେ ଦ୍ୱିତୀୟରେ ସବୁଠାରୁ ଅଧିକ ବିକ୍ରୟ ହେଉଥିବା ଅପରେଟିଙ୍ଗ ସିଷ୍ଟମ । ଆଣ୍ଡ୍ରଏଡ ଟାବଲେଟ୍ସର ବିକ୍ରୟ ୧୨୭ ପ୍ରତିଶତ ବଢିବା ପରେ ଅଗଷ୍ଟ ୨୦୧୩ରୁ ଆଇପ୍ୟାଡ୍ ଟାବଲେଟ ଦ୍ୱିତୀୟ ସ୍ଥାନରେ ଅଛି ।
ଆବୁଲ କଲାମ ଆଜାଦ (୧୧ ନଭେମ୍ବର ୧୮୮୮- ୨୨ ଫେବୃଆରୀ ୧୯୫୮)ବା ମୌଲାନା ସୟୀଦ ଅବୁଲ କାଲାମ ଗୁଲାମ ମୁହିୟୁଦ୍ଦିନ ଅଦମଦ ବିନ ଖୈରୁଦ୍ଦିନ ଅଲ୍-ଦୁସୈନି ଆଜାଦ (ପୁରା ନାମ) ଥିଲେ ଜଣେ ଭାରତୀୟ ବୁଦ୍ଧିଜୀବି ତଥା ଭାରତୀୟ ସ୍ୱାଧୀନତା ସଂଗ୍ରାମ ସମୟରେ ଜାତୀୟ କଂଗ୍ରେସର ବରିଷ୍ଠ ମୁସଲିମ ନେତା । ମୌଲାନ ଆଜାଦ ନାମରେ ପ୍ରସିଦ୍ଧ ଏହି ନେତା ଥିଲେ ସ୍ୱାଧୀନତା ପରବର୍ତ୍ତୀ ଭାରତରେ ସେ ପ୍ରଥମ ଶିକ୍ଷାମନ୍ତ୍ରୀ । ମୌଲାନା ହେଉଛି ତାଙ୍କୁ ପ୍ରଦତ୍ତ ଏକ ସମ୍ମାନାସ୍ପଦ ଉପାଧୀ ଏବଂ ସେ ତାଙ୍କ ନାମରେ ଆଜାଦ (ଅର୍ଥାତ- ମୁକ୍ତ) ଯୋଡିଦେଇଥିଲେ । ଭାରତୀୟ ଶିକ୍ଷା ବ୍ୟବସ୍ଥାକୁ ଏକ ନୂତନ ରୂପରେଖ ଦେବାରେ ତାଙ୍କର ଅବଦାନକୁ ଚିର ସ୍ମରଣୀୟ କରିବା ପାଇଁ ପ୍ରତିବର୍ଷ ତାଙ୍କ ଜନ୍ମ ଦିନକୁ ଭାରତରେ ଜାତୀୟ ଶିକ୍ଷା ଦିବସ ରୂପେ ପାଳନ କରାଯାଉଛି ।ଯୁବକ ସମୟରୁ ଆଜାଦ କବିତା ରଚନା କରିବା ତଥା ଧର୍ମ ଏବଂ ଦର୍ଶନ ସମ୍ବନ୍ଧୀୟ ଗ୍ରନ୍ଥ ରଚନା କରିବାରେ ସିଦ୍ଧହସ୍ତ ଥିଲେ । ଜଣେ ସାମ୍ବାଦିକ ଭାବେ ବ୍ରିଟିଶ ରାଜ ସମୟର ମହତ୍ତ୍ୱପୂର୍ଣ୍ଣ ଘଟଣା ସବୁର ସମୀକ୍ଷା କରିବା ସହ ଭାରତୀୟଙ୍କ ମନରେ ଜାତୀୟତା ଭାବ ଉଦ୍ରେକ କରିବାରେ ତାଙ୍କର ଅନେକ ଲେଖା ତତକାଳୀନ ସମୟରେ ବହୁ ବିଜ୍ଞ ବ୍ୟକ୍ତିଙ୍କଦ୍ୱାରା ଆଦୃତ ହେବା ସହ ତାଙ୍କର ପ୍ରଚଣ୍ଡ ବୁଦ୍ଧିମତ୍ତାର ପରିଚୟ ପ୍ରଦାନ କରିଥିଲା । ଖିଲାଫତ ଆନ୍ଦୋଳନର ନେତୃତ୍ୱ ନେବାବେଳେ ସେ ମହତ୍ମା ଗାନ୍ଧୀଙ୍କ ନିକଟ ସଂସ୍ପର୍ଶରେ ଆସିଥିଲେ । ଏହାପରେ ସେ ଗାନ୍ଧୀଙ୍କ ଅହିଂସା ତତ୍ତ୍ୱର ଏକ ଉତ୍ସାହୀ ସମର୍ଥକ ପାଲଟିଯାଇଥିଲେ ଏବଂ ସ୍ୱଦେଶୀ ଏବଂ ସ୍ୱରାଜ ସମ୍ବନ୍ଧରେ ଗାନ୍ଧୀଙ୍କ ବିଚାରଧାରା ପ୍ରଚାର କରିବାରେ ନିଜର ପ୍ରତିବଦ୍ଧତା ପରିପ୍ରକାଶ କରିଥିଲେ । ୧୯୨୩ ମସିହାରେ ମାତ୍ର ୩୫ ବର୍ଷ ବୟସରେ ସେ ଭାରତୀୟ ଜାତୀୟ କଂଗ୍ରେସର ସଭାପତି ପଦ ଅଳଂକୃତ କରି ନିଜର ଦକ୍ଷତା ପ୍ରତିପାଦନ କରିପାରିଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଚିନ୍ତାର ଗଭୀରତା ଓ ବ୍ୟାପକତା କିପରି ମଣିଷ ସମାଜକୁ ପ୍ରଭାବିତ କରେ, ପ୍ରସିଦ୍ଧ ଗ୍ରୀକ ବୈଜ୍ଞାନିକ ଓ ଦାର୍ଶନିକ ଆରିଷ୍ଟୋଟଲଙ୍କ ଜୀବନୀରୁ ତାହା ସହଜରେ ପ୍ରମାଣିତ ହୁଏ । ତାଙ୍କ ଚିନ୍ତା ଓ ବିଶ୍ଳେଷଣ, ସମଗ୍ର ମାନବ ସମାଜ ଉପରେ ପ୍ରାୟ ୧୫୦୦ ବର୍ଷ ଧରି ପ୍ରଭାବ ବିସ୍ତାର କରିଥିଲା । ସେ ତାଙ୍କ ଜୀବନ କାଳ ମଧ୍ୟରେ ଅନେକ ବିକ୍ଷିପ୍ତ ବିଷୟରେ ବହୁତ ଉପାଦେୟ ପୁସ୍ତକ ରଚନା କରିଯାଇଛନ୍ତି , ଆଜି ତାହା କଳ୍ପନାତୀତ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ମାଣବସା ଗୁରୁବାର ଓଷା (ମାଣବସା ଓ ମାଣ ଓଷା ନାମରେ ମଧ୍ୟ ଜଣା) ଓଡ଼ିଶାରେ ପାଳିତ ଏକ କୃଷିଭିତ୍ତିକ ପର୍ବ । ଏହି ପର୍ବରେ ମହାଲକ୍ଷ୍ମୀଙ୍କୁ ଗୃହରେ ଧନଧାନ୍ୟ ବୃଦ୍ଧି ନିମନ୍ତେ ମଧ୍ୟ ପୂଜା କରାଯାଏ । ମାର୍ଗଶିର ମାସରେ ଓଡ଼ିଆ ନାରୀମାନେ ଏହି ଓଷା ପାଳନ କରିଥାନ୍ତି । ଏହି ପୂଜା ଅନ୍ୟ ଦେଶ ଓ ରାଜ୍ୟମାନଙ୍କରେ ପ୍ରଚଳନ ନାହିଁ । ମାଣବସା ଓଷାକୁ ଲକ୍ଷ୍ମୀପୂଜା ମଧ୍ୟ କୁହାଯାଏ । ଏହି ଓଷାକୁ ଓଡ଼ିଶାର ସମସ୍ତ ଜାତିର ଲୋକେ ପାଳନ କରିଥାନ୍ତି । ଏହି ସମୟରେ ଧନଧାନ୍ୟ, ବାତ୍ସଲ୍ୟ ଓ ଦୟାକ୍ଷମାର ପ୍ରତିମୂର୍ତ୍ତି ରୂପେ ଲକ୍ଷ୍ମୀଙ୍କୁ କଳ୍ପନା କରାଯାଇ ଘରର ଶ୍ରୀ, ସମୃଦ୍ଧି, ପରିଷ୍କାର-ପରିଚ୍ଛନ୍ନତା ଆଦି ପ୍ରତି ଦୃଷ୍ଟି ଦିଆଯାଇଥାଏ । ମାର୍ଗଶିର ମାସରେ ପୂଜା ଘରେ ଧାନ ମେଣ୍ଟା ବା "ଧାନବେଣୀ"ରେ ସଜାଯାଇଥାଏ । ଧାନକେଣ୍ଡାକୁ ଗୁନ୍ଥି ଏହି ମେଣ୍ଟା ବା ବେଣୀ ତିଆରି କରାଯାଏ ।