ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀ ର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ମାଣବସା ଗୁରୁବାର ଓଷା (ମାଣବସା ଓ ମାଣ ଓଷା ନାମରେ ମଧ୍ୟ ଜଣା) ଓଡ଼ିଶାରେ ପାଳିତ ଏକ କୃଷିଭିତ୍ତିକ ପର୍ବ । ଏହି ପର୍ବରେ ମହାଲକ୍ଷ୍ମୀଙ୍କୁ ଗୃହରେ ଧନଧାନ୍ୟ ବୃଦ୍ଧି ନିମନ୍ତେ ମଧ୍ୟ ପୂଜା କରାଯାଏ । ମାର୍ଗଶିର ମାସରେ ଓଡ଼ିଆ ନାରୀମାନେ ଏହି ଓଷା ପାଳନ କରିଥାନ୍ତି । ଏହି ପୂଜା ଅନ୍ୟ ଦେଶ ଓ ରାଜ୍ୟମାନଙ୍କରେ ପ୍ରଚଳନ ନାହିଁ । ମାଣବସା ଓଷାକୁ ଲକ୍ଷ୍ମୀପୂଜା ମଧ୍ୟ କୁହାଯାଏ । ଏହି ଓଷାକୁ ଓଡ଼ିଶାର ସମସ୍ତ ଜାତିର ଲୋକେ ପାଳନ କରିଥାନ୍ତି । ଏହି ସମୟରେ ଧନଧାନ୍ୟ, ବାତ୍ସଲ୍ୟ ଓ ଦୟାକ୍ଷମାର ପ୍ରତିମୂର୍ତ୍ତି ରୂପେ ଲକ୍ଷ୍ମୀଙ୍କୁ କଳ୍ପନା କରାଯାଇ ଘରର ଶ୍ରୀ, ସମୃଦ୍ଧି, ପରିଷ୍କାର-ପରିଚ୍ଛନ୍ନତା ଆଦି ପ୍ରତି ଦୃଷ୍ଟି ଦିଆଯାଇଥାଏ । ମାର୍ଗଶିର ମାସରେ ପୂଜା ଘରେ ଧାନ ମେଣ୍ଟା ବା "ଧାନବେଣୀ"ରେ ସଜାଯାଇଥାଏ । ଧାନକେଣ୍ଡାକୁ ଗୁନ୍ଥି ଏହି ମେଣ୍ଟା ବା ବେଣୀ ତିଆରି କରାଯାଏ ।
ଲକ୍ଷ୍ମଣ ନାୟକ (୨୨ ନଭେମ୍ବର ୧୮୯୯ - ୨୯ ମାର୍ଚ୍ଚ ୧୯୪୩) ଓଡ଼ିଶାର ଜଣେ ଅଗ୍ରଣି ସ୍ୱାଧୀନତା ସଂଗ୍ରାମୀ । ଆଦିବାସୀ ପାଇଁ ସେ ମାଲକାନାଗିରିର ଗାନ୍ଧି ଭାବେ ପ୍ରସିଦ୍ଧ ଥିଲେ । ଲକ୍ଷ୍ମଣ ନାୟକ ୧୮୯୯ ମସିହା ନଭେମ୍ବର ୨୨ ତାରିଖରେ କୋରାପୁଟ ଜିଲ୍ଲା (ବର୍ତ୍ତମାନର ମାଲକାନଗିରି ଜିଲ୍ଲା)ର ତେନ୍ତୁଲିଗୁମ୍ମା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଲକ୍ଷ୍ମଣ ଥିଲେ ଦ୍ୱିତୀୟ ସନ୍ତାନ, ବଡଭାଇ ସନିଆ ଓ ସାନଭାଇ ଧନ ଭୁମିୟା । ତାଙ୍କ ପିତା ପଦଲମ ନାୟକ ଜାତିରେ ବୀର ଭୁମିୟା ଓ ଚାଷ ଥିଲା ଜୀବିକା । ଗ୍ରାମବାସୀଙ୍କ ମନୋନୟନ ଅନୁଯାୟୀ ତାଙ୍କୁ କୋରାପୁଟ ରାଜା ତୃତୀୟ ବିକ୍ରମଦେବ (ରାଜଗାଦୀ ୧୮୮୯ରୁ ୧୯୨୦ ) ମୁସ୍ତାଦାର ବା ନାୟକ ପଦର ନିୟୁକ୍ତ କରିଥିଲେ । ଦାୟିତ୍ୱ ଥିଲା ତେନ୍ତୁଲିଗୁମା,ବେଜୁଣୀଗୁଡା,ଲେକିଗୁଡା, ଅଅଁଳାଗୁଡାର ଖଜଣା ଆଦାୟ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
'ରବୀନ୍ଦ୍ରନାଥ ଠାକୁର ' ( /rəˈbindrəˈnɑ:t ˈtɑ:ɡɔr/; ଛାଞ୍ଚ:IPA-bn), (୧୮୬୧-୧୯୪୧) ଏକାଧାରରେ ଜଣେ କବି, ଚିତ୍ରଶିଳ୍ପୀ, ସଂଗୀତଜ୍ଞ, ଶିକ୍ଷାବିତ, ଗାଳ୍ପିକ ଓ ଦାର୍ଶନିକ ଥିଲେ । ତାଙ୍କୁ ବଙ୍ଗଳା ଭାଷାର ସର୍ବଶ୍ରେଷ୍ଠ ସାହିତ୍ୟକ ବୋଲି ଧରାଯାଏ । ଭାରତୀୟ ଭାଷା ଅନୁସାରେ ତାଙ୍କ ନାମ ରବିଦ୍ରନାଥ ଠାକୁର ଥିଲା । ତାଙ୍କୁ "ବଙ୍ଗଳାର ପକ୍ଷୀ" ବୋଲି ଆଖ୍ୟା ଦିଆଯାଇଥିଲା ।ଭାରତୀୟମାନଙ୍କ ମଧ୍ୟରେ ସେ ସର୍ବ ପ୍ରଥମେ ନୋବେଲ ପୁରସ୍କାର ଲାଭ କରିଥିଲେ । ଟାଗୋର ବହୁତ ଗଳ୍ପ, କବିତା, ଓ ନାଟକ ରଚନା କରିଥିଲେ ଓ ତା' ସହ ବହୁତ ଗୀତ ଓ ସଙ୍ଗୀତ ଲେଖିଥିଲେ । ରବୀନ୍ଦ୍ରନାଥଙ୍କ ୫୨ଟି କାବ୍ୟଗ୍ରନ୍ଥ, ୩୮ଟି ନାଟକ, ୧୩ଟି ଉପନ୍ୟାସ, ୩୬ଟି ପ୍ରବନ୍ଧ, ୯୬ କ୍ଷୁଦ୍ର ଗଳ୍ପ ଓ ୧୯୧୫ ସଙ୍ଗୀତ ପ୍ରକାଶିତ ହୋଇସାରିଛି । ରବୀନ୍ଦ୍ରନାଥଙ୍କ ରଚନା ବିଭିନ୍ନ ଭାଷାରେ ଅନୁବାଦିତ ହୋଇସାରିଛି । ଗୀତାଞ୍ଜଳିର ଲେଖକ ଓ ତାଙ୍କର ଗଭୀର ସମ୍ବେଦନଶୀଳ, ତାଜା, ସୁମଧୁର କବିତା; ୧୯୧୩ ମସିହାରେ ଗୀତାଞ୍ଜଳି କବିତାଗ୍ରନ୍ଥର ଇଂରାଜୀ ଅନୁବାଦ ପାଇଁ ସେ ନୋବେଲ ପୁରସ୍କାର ଲାଭ କରିଥିଲେ । ତାଙ୍କଦ୍ୱାରା ରଚିତ ସଂଗୀତ ୨ଟି ଦେଶ, ନିଜ ନିଜ ଦେଶର ଜାତୀୟ ସଂଗୀତ ଭାବେ ବାଛି ନେଇଛନ୍ତି: ଭାରତ "ଜନ ଗଣ ମନ" ଓ ବାଂଲାଦେଶ "ଆମର୍ ସୋନାର ବଙ୍ଗଲା" । ଶ୍ରୀଲଙ୍କାର ଜାତୀୟ ସଂଗୀତ ମଧ୍ୟ ଟାଗୋରଙ୍କ ଠାରୁ ପ୍ରେରଣା ଲାଭ କରିଥିଲା । ଗୋଟେ ପିରାଲୀ ବ୍ରାହ୍ମଣ କଲିକତାର ପୈତୃକ ସମ୍ଭ୍ରାନ୍ତ ଶ୍ରେଣୀର ଲୋକ ଜେସର ସହର ସହ ସମ୍ପର୍କିତ, ସେ ଯେତେବେଳେ ୮ବର୍ଷ ବୟସର ହେଇଥିଲେ ସେତେବେଳେ ସେ ଲେଖା ଆରମ୍ଭ କରିଥିଲେ । ଷୋହଳ ବର୍ଷ ବୟସରେ, ସେ ଭାନୁସିଂହ ନାମକ ଛଦ୍ମ ନାମ ଉପଯୋଗ କରି ନିଜର କବିତାକୁ ଉନ୍ମୋଚନ କରିଥିଲେ । ସେହି କବିତାଗୁଡିକୁ ସାହିତ୍ୟିକ ମହଲରୁ ଅନେକ ପ୍ରଶଂସା କରାଯାଇଥିଲା । ଅନୁବାଦରେ ତାଙ୍କ କବିତା ଅଧ୍ୟତ୍ମିକ ଓ ସୁଲଳିତ ଥିଲା ,କିନ୍ତୁ ତାଙ୍କର ରୁଚିପୂର୍ଣ ଗଳ୍ପ ଓ ସୁମଧୁର କବିତା ବହୁତ ସମୟ ପର୍ଯ୍ୟନ୍ତ ବଙ୍ଗଳା ବାହାରେ ଜଣା ନ ଥିଲା ।୧୮୭୭ ମସିହାରେ ସେ ନିଜେ ଛୋଟ ଗଳ୍ପ ଓ ନାଟକ ନିଜ ନାମରେ ପ୍ରକାଶନ କରି ଥିଲେ । ସେ ଜଣେ ମାନବବାଦୀ, ଭୌମିକତା, ଅନ୍ତରାଷ୍ଟ୍ରୀୟବେଦୀ ଥିଲେ । ସେ ବ୍ରିଟିଶ ଶାସନର ନିନ୍ଦା ଓ ଭାରତର ସ୍ୱଧୀନ ପାଇଁ ଓକିଲାତି କରୁଥିଲେ । ବଙ୍ଗଳା ପୁନଃଜାଗରଣ ର ପ୍ରତିବାଦକ ରୂପରେ ,ସେ ଚିତ୍ର, ଚିତ୍ରାଙ୍କନ , ୧୦୦ ବହି, କିଛି ୨୦୦୦ ସଂଖ୍ୟକ କବିତା, ଇଚ୍ଛାପତ୍ର ସାମିଲ ଥିଲା, ତାଙ୍କଦ୍ୱାରା ବିଶ୍ୱ ଭାରତୀୟ ବିଶ୍ୱବିଦ୍ୟାଳୟ ସ୍ଥାପିତ ହୋଇଥିଲା ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ପରିବାକୁ ଗଛର ସେହି ଭାଗକୁ କୁହାଯାଏ ଯାହାକୁ ନିଆଁରେ ରନ୍ଧାହୋଇ ଖାଦ୍ୟ ରୂପେ ଗ୍ରହଣ କରାଯାଏ । ବୀଜ ଏବଂ ମିଠା ଫଳକୁ ପ୍ରାୟତଃ ପରିବା କୁହାଯାଏ ନାହିଁ। ଖିଆ ଯାଉଥିବା ପତ୍ର, ତଳି, ମୂଳ ଇତ୍ୟାଦିକୁ ପ୍ରାୟତଃ ପରିବା କୁହାଯାଏ । ସାଂସ୍କୃତିକ ଦୃଷ୍ଟିରେ "ପରିବା"ର ପରିଭାଷା ସ୍ଥାନୀୟ ପ୍ରଥା ଅନୁସାରେ ଅଲଗା ଅଲଗା ହୋଇଥାଏ । ଉଦାହରଣ ସ୍ୱରୂପ: ବହୁତ ଲୋକ ଛତୁକୁ ପରିବା ବୋଲି ମାନିଥାନ୍ତି , କିନ୍ତୁ ଜୀବ ବିଜ୍ଞାନ ଦୃଷ୍ଟିରୁ ଏହାକୁ "ପତ୍ର" ଭାବେ ଗ୍ରହଣ କରାଯାଏ ନାହିଁ ଏବଂ ଅନ୍ୟ ଲୋକ ମାନଙ୍କ ଅନୁସାରେ ଏହା ପରିବା ନୁହେଁ; ଏହା ଏକ ଅନ୍ୟ ଖାଦ୍ୟ ଶ୍ରେଣୀ ଯୁକ୍ତ ଅଟେ ।କିଛି ପରିବାକୁ କଞ୍ଚା ଖିଆ ଯାଇପାରେ , ଅନ୍ୟ ପରିବାକୁ କେବଳ ରାନ୍ଧି କରି ଖିଆ ଯାଇପାରେ । ସାଧାରଣତଃ ପରିବାକୁ ଲୁଣ ସହିତ ରନ୍ଧାଯାଏ , କିନ୍ତୁ କିଛି ପରିବାକୁ ଚିନି ସହିତ ରାନ୍ଧ ତା'ର ମିଠା ହାଲୁଆ ତିଆରି କରାଯାଏ (ଯେପରି: ଗାଜର) ।
ସମ୍ବିଧାନର ଧାରା ୩୭୦ ଜାମ୍ମୁ-କାଶ୍ମୀର ରାଜ୍ୟକୁ ଏକ ବିଶେଷ ରାଜ୍ୟର ମାନ୍ୟତା ଦେଇଥିଲା । ସମ୍ବିଧାନର ଭାଗ ୨୧ "ବିଶେଷ ଓ ସମାୟିକ ପ୍ରାବଧାନ" ଅନ୍ତର୍ଭୁକ୍ତ ଧାରା ୩୭୦ଦ୍ୱାରା ଜାମ୍ମୁ କାଶ୍ମୀର ରାଜ୍ୟକୁ ବିଶେଷ ରାଜ୍ୟର କ୍ଷମତା ମିଳିଥିଲା । ଏହା ଯୋଗୁଁ ଜାମ୍ମୁ-କାଶ୍ମୀର ରାଜ୍ୟର ନିଜସ୍ୱ ସମ୍ବିଧାନ ତଥା ଜାତୀୟ ପତାକା ରହିଥିଲା । ଏହି ଧାରା ଜାମ୍ମୁ-କାଶ୍ମୀରର ସମ୍ବିଧାନ ପ୍ରଣୟନ ସଭାକୁ ଭାରତୀୟ ସମ୍ବିଧାନର ଯେ କୌଣସି ପ୍ରାବଧାନ ଜାମ୍ମୁ-କାଶ୍ମୀର ପ୍ରତି ପ୍ରଯୁଜ୍ୟ କରିବା କିମ୍ବା ଧାରା ୩୭୦କୁ ସମ୍ପୂର୍ଣ୍ଣ ଭାବେ ନିଷିଦ୍ଧ କରିବାର କ୍ଷମତା ଦେଇଥିଲା । କିନ୍ତୁ ଜାମ୍ମୁ-କାଶ୍ମୀର ସମ୍ବିଧାନ ପ୍ରଣୟନ ସଭା ଏହି ଧାରାକୁ ନିଷିଦ୍ଧ କରିବା ପୂର୍ବରୁ ହିଁ ଭଙ୍ଗ କରିଦିଆଯାଇଥିଲା । ଫଳରେ ଏହି ଧାରା ଭାରତୀୟ ସମ୍ବିଧାନ ଏକ ସ୍ଥାୟୀ ଅଙ୍ଗ ରୂପେ ଗୃହୀତ ହୋଇଥିଲା । ଏହି ଧାରାକୁ ୨୦୧୯ ଅଗଷ୍ଟ ୫ ତାରିଖରୁ ନିଷିଦ୍ଧ କରିଦିଆଯାଇଛି । ରାଷ୍ଟ୍ରପତି ରାମ ନାଥ କୋବିନ୍ଦ ଅଗଷ୍ଟ ୫ ଦିନ ଏକ ଆଦେଶନାମା ଜାରୀ କରି ପୂର୍ବତନ ସମସ୍ତ ଆଦେଶକୁ ନାକଚ କରିବା ସହ ଭାରତୀୟ ସମ୍ବିଧାନର ସମସ୍ତ ନିୟମ ଜାମ୍ମୁ-କାଶ୍ମୀର ପ୍ରତି ପ୍ରଯୁଜ୍ୟ ହେବ ବୋଲି ଘୋଷଣା କରିଥିଲେ । ସଂସଦର ଅନୁମୋଦନ ପରେ ସେ ଧାରା ୩୭୦ର ସମସ୍ତ ନିୟମ ଅଚଳ ହେବାର ଘୋଷଣା କରିଥିଲେ ।
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ୱବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଫିନାଇଲେଫ୍ରିନ (ଇଂରାଜୀ ଭାଷାରେ Phenylephrine) ଏକ ଔଷଧ ଯାହା ରକ୍ତ ଚାପ ବୃଦ୍ଧି କରିବାକୁ, ମିଡ୍ରିଆସିସ (dilate the pupil), ଡିକଞ୍ଜେସ୍ଟାଣ୍ଟ (decongestant) ନିମନ୍ତେ ଓ ଅର୍ଶ କମ୍ କରିବାକୁ ଦିଆଯାଏ । ଡିକଞ୍ଜେସ୍ଟାଣ୍ଟ ଭାବରେ ମାର୍କେଟରେ ମିଳିଲେ ମଧ୍ୟ ପାଟିରେ ଦିଆଗଲେ, ଆଲର୍ଜିକ ନାକ ପ୍ରଦାହ ରୋଗ ନିମନ୍ତେ ଏହାର ଉପକାର ସ୍ପଷ୍ଟ ହୋଇନାହିଁ । ଏହା ପାଟିରେ, ଶିରା ଓ ମାଂସପେଶୀରେ ଇଞ୍ଜେକସନ ଆକାରରେ ଦିଆଯାଏ ବା ଚର୍ମରେ ଲଗାଯାଏ ।ଫିନାଇଲେଫ୍ରିନ ପାଟିରେ ନେବାପରେ ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟାରେ ଅଇ, ମୁଣ୍ଡବିନ୍ଧା ଓ ଉଦ୍ବେଗ ପ୍ରକାଶ ପାଇପାରେ । ଅର୍ଶ ଚିକିତ୍ସାରେ ଏହା ସହ୍ୟ କରିହୁଏ । ପାର୍ଶ୍ୱ ପ୍ରତିକ୍ରିୟା ସାଂଘାତିକ ହେଲେ ଧୀର ହୃଦ୍ଗତି , ଅନ୍ତନଳୀ ସ୍ୱଳ୍ପ ରକ୍ତହୀନତା, ଆଞ୍ଜାଇନା, ବୃକ୍କ ଫେଲ (kidney failure) ଓ ଇଞ୍ଜେକସନ ନେବା ସ୍ଥାନରେ ତନ୍ତୁ ମୃତ୍ୟୁ (tissue death) ହୋଇପାରେ । ଗର୍ଭାବସ୍ଥା ଓ ସ୍ତନ୍ୟପାନ (breastfeeding) ସମୟରେ ଏହି ଔଷଧର ନିରାପତ୍ତା ବିଷୟ ସ୍ପଷ୍ଟ ହୋଇନାହିଁ । ଫିନାଇଲେଫ୍ରିନ ଏକ ସିଲେକ୍ଟିଭ ଆଡ୍ରେନର୍ଜିକ ରିସେପ୍ଟର ସକ୍ରିୟକାରୀ (selective α1-adrenergic receptor); ତେଣୁ ଧମନୀ (arteries) ଓ ଶିରା (veins) ସଙ୍କୁଚିତ ହୋଇଯାଏ ।ସନ ୧୯୨୭ରେ ଫିନାଇଲେଫ୍ରିନ ପେଟେଣ୍ଟ ହେବାପରେ ସନ ୧୯୩୮ରେ ଡାକ୍ତରୀ ବ୍ୟବହାର ନିମନ୍ତେ ସ୍ୱୀକୃତ ହୋଇଥିଲା । ଏହା ଜେନେରିକ ଔଷଧ ନାମରେ (generic medication) ବିକ୍ରୟ ହୁଏ । ସଂଯୁକ୍ତ ରାଷ୍ଟ୍ରରେ (United Kingdom) ଏନଏଚଏସକୁ (NHS) ଏହାର ଏକ ଭାଏଲ ପିଛା ପ୍ରାୟ ୪ ପାଉଣ୍ଡ ଖର୍ଚ୍ଚ କରିବାକୁ ପଡ଼ୁଥିଲା । ଏହାର ଅପବ୍ୟବହାର ଅତି ସାଧାରଣ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
କିଟୋଜେନିକ ଖାଦ୍ୟ କହିଲେ ଅଧିକ ସ୍ନେହସାର (fat), ଯଥେଷ୍ଟ ପୁଷ୍ଟିସାର, ସ୍ୱଳ୍ପ ଶ୍ୱେତସାର ଖାଦ୍ୟକୁ ବୁଝାଏ ଯାହା ପ୍ରାଥମିକ ଭାବରେ ଅନିୟନ୍ତ୍ରିତ ଅପସ୍ମାର ବାତ ହେଉଥିବା ଶିଶୁର ଚିକିତ୍ସାରେ ଦିଆଯାଏ । ଏହି ଖାଦ୍ୟ ଖାଇଲେ ଶରୀରରେ ଶ୍ୱେତସାର ବଦଳରେ ଚର୍ବି ପୋଡ଼ିବାକୁ ଲାଗେ । ସାଧାରଣତଃ ଖାଦ୍ୟରେ ଥିବା ଶ୍ୱେତସାର ଦେହରେ ଗ୍ଲୁକୋଜରେ ରୁପାନ୍ତରିତ ହୋଇ ସାରା ଶରୀରକୁ ବିଶେଷତଃ ମସ୍ତିଷ୍କକୁ ସରବରାହ ଓ ସେଠାରେ ତାହାର ମେଟାବୋଲିଜ୍ମ (fueling brain function) ହୁଏ । ଖାଦ୍ୟରେ କିଛି ପରିମାଣର ଶ୍ୱେତସାର ରହିଯାଇଥିଲେ ଟ୍ରାଇଏସିଲଗ୍ଲିସେରଲ (fat) ଯକୃତରେ ଫ୍ୟାଟି ଏସିଡରେ (fatty acid) ପରିଣତ ହୁଏ ଓ ତା'ପରେ କିଟୋନ ବଡିରେ (ketone bodies) ପରିଣତ ହୋଇଯାଏ । ଏହି କିଟୋନ ବଡି ରକ୍ତରେ ମସ୍ତିଷ୍କକୁ ଯାଇ ଗ୍ଲୁକୋଜ ବଦଳରେ ଶକ୍ତି ଉତ୍ସ ରୂପେ କାମ କରେ ଯାହାକୁ କିଟୋସିସ (ketosis) କୁହାଯାଏ ଓ ଏହି ପରିବର୍ତ୍ତନ ଯୋଗୁ ଅପସ୍ମାର ବାତର ଆବୃତ୍ତି କମିଯାଏ । ଏହି ଖାଦ୍ୟ ସାହାଯ୍ୟରେ ଅର୍ଦ୍ଧେକ ସଂଖ୍ୟକ ଶିଶୁ ଓ ଯୁବକମାନଙ୍କର ବାତ ମାରିବା ସଂଖ୍ୟା ଅଧା ହୋଇଯାଏ ଯାହାର ପ୍ରଭାବ ଏହି ଖାଦ୍ୟ ବନ୍ଦ କରିବା ପରେ ମଧ୍ୟ ରହେ । କେତେକ ପ୍ରମାଣରୁ ଜଣାଯାଏ, ପରିବର୍ତ୍ତିତ ଆଟକିନ ଖାଦ୍ୟ (Atkins diet) ଯାହା ଏହାଠାରୁ କମ୍ ହୋଇଥିଲେ ମଧ୍ୟ ଉପକାର ମିଳେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଟିକଟକ, ଯାହା ଡଇନ (ଚୀନ: 抖音; ପିନଇନ : Dǒuyīn; ଆକ୍ଷରିକ ଅର୍ଥ: 'ଶବ୍ଦ କମ୍ପନ') ନାମରେ ମଧ୍ୟ ଚୀନରେ ଜଣାଶୁଣା ଏକ ଆଣ୍ଡ୍ରୋଏଡ ଏବଂ ଆଇଓଏସ ଆପ ବା ଆପ୍ଲିକେସନ, ଯେଉଁଥିରେ ଛୋଟ ଛୋଟ ସମୟର ଅବଧିଯୁକ୍ତ ଭିଡିଓ ତିଆରି କରାଯାଇ ବଣ୍ଟା ଯାଇଥାଏ । ତିନିରୁ ପନ୍ଦର ସେକେଣ୍ଡ ସମୟ ବିଶିଷ୍ଟ ସଙ୍ଗୀତ ଭିଡିଓ ତିଆରି ହୋଇଥାଏ ଏବଂ ବାରମ୍ବାରତା ଛୋଟ ଭିଡିଓ ୩ରୁ ୬୦ ସେକେଣ୍ଡର ତିଆରି ହୋଇଥାଏ ।ଏହା ବାଇଟଡ୍ୟାନ୍ସ ନାମକ ଏକ କମ୍ପାନୀଦ୍ୱାରା ପରିଚାଳିତ । ଚୀନରେ ସେପ୍ଟେମ୍ବର ମାସ ୨୦୧୬ ମସିହାରେ ଏହା ପ୍ରଥମେ ଡଇନ ନାମରେ ଆରମ୍ଭ ହୋଇଥିଲା ଏବଂ ଅନ୍ୟ ଦେଶର ବଜାରଗୁଡିକୁ ଏକବର୍ଷ ପରେ ଟିକଟକ ନାମରେ ଛଡ଼ା ଯାଇଥିଲା । ଅକ୍ଟୋବର ମାସ ୨୦୧୮ରେ ଏହି ଆପଟି ଯୁକ୍ତରାଷ୍ଟ୍ରରେ ସବୁଠାରୁ ଅଧିକ ଡାଉନଲୋଡ଼ କରାଯାଇଥିଲା । ୨୦୧୮ ମସିହା ସୁଦ୍ଧା ଏହା ୧୫୦ଟି ଦେଶରେ, ୭୫ଟି ଭାଷାରେ ଉପଲବ୍ଧ ଅଟେ । ଜୁଲାଇ ମାସ ୨୦୧୮ ମସିହାରେ ଏହାର ୫୦ କୋଟିରୁ ଅଧିକ ଗ୍ରାହକ ଥିଲେ ।
ଚନ୍ଦ୍ରମୁଖୀ ୨୦୦୫ ମସିହାର ଏକ ଭାରତୀୟ ତାମିଲ ଭାଷାର ହାସ୍ୟରସାତ୍ମକ ଭୟଙ୍କର ଫିଲ୍ମ ଅଟେ । ଏହି ଫିଲ୍ମକୁ ପି.ବାସୁ ଲେଖିଥିଲେ ଓ ନିର୍ଦ୍ଦେଶନା ଦେଇଥିଲେ ଏବଂ ଏହାକୁ ଶିବାଜୀ ପ୍ରଡକ୍ସନର ରାମ କୁମାର ଗଣେଶାନଙ୍କ ଦ୍ୱାରା ନିର୍ମାଣ କରାଯାଇଥିଲା । ଏହି ଫିଲ୍ମରେ ରଜନୀକାନ୍ତ, ପ୍ରଭୁ, ଜ୍ୟୋତିକା ଓ ନୟନତାରା ମୁଖ୍ୟ ଭୂମିକାରେ ଅଭିନୟ କରିଛନ୍ତି । ଏହି ଫିଲ୍ମ ବାସୁଙ୍କ କନ୍ଣଡ ଫିଲ୍ମ ଆପ୍ତାମିତ୍ର (୨୦୦୪)ର ରୀମିକ ଅଟେ, ଯାହା ନିଜେ ମାଲାୟଲାମ ଫିଲ୍ମ ମଣିଚିତ୍ରାଥୁ (୧୯୯୩)ର ରୀମିକ ଅଟେ । ସାଉଣ୍ଡଟ୍ରାକ ଆଲବମ ଓ ବ୍ୟାକଗ୍ରାଉଣ୍ଡ ସ୍କୋରର ରଚନା ବିଦ୍ୱାସାଗର କରିଥିଲେ । ସିନେମେଟୋଗ୍ରାଫୀର ସଞ୍ଚାଳନ ଶେଖର ବି.ଜୋସେଫ କରିଥିଲେ ଏବଂ ଏହାର ସମ୍ପାଦନ ସୁରେଶ ଉର୍ସ କରିଥିଲେ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ପ୍ରମିଳା ମଲ୍ଲିକ (ଜନ୍ମ: ୪ ମାର୍ଚ୍ଚ ୧୯୬୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ୧୯୯୦ ମସିହାରେ ସେ ଓଡ଼ିଶା ବିଧାନ ସଭାର ୧୦ମ ସଭାକୁ ଜନତା ଦଳର ପ୍ରତିନିଧି ଭାବରେ ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ପ୍ରଥମ ଥର ପାଇଁ ନିର୍ବାଚିତ ହୋଇଥିଲେ । ପରବର୍ତ୍ତୀ ସମୟରେ ସେ ପୁଣିଥରେ ୨୦୦୦ ମସିହା ଓଡ଼ିଶା ସାଧାରଣ ନିର୍ବାଚନରେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ସେହି ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ଏହାପରେ ସେ ଲଗାତାର ୨୦୦୪ ମସିହାରେ ୧୩ଶ, ୨୦୦୯ ମସିହାରେ ୧୪ଶ ଏବଂ ୨୦୧୪ ମିସିହାରେ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ପ୍ରମିଳା ପ୍ରଥମଥର ପାଇଁ ୨୦୦୪ ମସିହାରେ ୧୩ଶ ଓଡ଼ିଶା ବିଧାନ ସଭାର ମନ୍ତ୍ରୀମଣ୍ଡଳରେ ମନ୍ତ୍ରୀ ହୋଇଥିଲେ । ସେ ମହିଳା ଓ ଶିଶୁ ବିକାଶ ବିଭାଗର ମନ୍ତ୍ରୀ ଥିଲେ ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ୱାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ବିଶ୍ୱନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କ ଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
କମ୍ପୁଟର ସଫ୍ଟୱେର କିମ୍ବା ସଫ୍ଟୱେର, କମ୍ପ୍ୟୁଟର ପ୍ରୋଗ୍ରାମ, ଲାଇବ୍ରେରି ଏବଂ ସେମାନଙ୍କ ସମ୍ବନ୍ଧିତ ନଥିକରଣକୁ ନେଇ ଗଠିତ । "ସଫ୍ଟୱେର" ଶବ୍ଦଟି କେବେ କେବେ ସଙ୍କୁଚିତ ଅର୍ଥରେ ଆପ୍ଲିକେସନ ସଫ୍ଟୱେରକୁ ମଧ୍ୟ ବୁଝାଇଥାଏ । ସଫ୍ଟୱେର କମ୍ପ୍ୟୁଟର ମେମୋରିରେ ସାଇତା ହୋଇ ରହିଥାଏ ଏବଂ ଏହାକୁ କେହି ଛୁଇଁପାରିବେ ନାହିଁ ।ନିମ୍ନତମ ସୋପାନରେ, ଏକ୍ସକ୍ୟୁଟ କରାହୋଇପାରିବା କୋଡ଼ସମୂହ ଏକ ନିର୍ଦ୍ଦିଷ୍ଟ ପ୍ରସେସର– ସାଧାରଣତଃ ଏକ ସେଣ୍ଟ୍ରାଲ ପ୍ରୋସେସିଙ୍ଗ ୟୁନିଟ (ସିପିୟୁ) ସହ ସମ୍ବନ୍ଧିତ ମେସିନ ଲାଙ୍ଗୁଏଜକୁ ନେଇ ଗଠିତ । ଏକ ମେସିନ ଲାଙ୍ଗୁଏଜ ପ୍ରୋସେସର ସୂଚନାକୁ ସୂଚାଉଥିବା ବାଇନାରି ମୂଲ୍ୟକୁ ନେଇ ଗଠିତ ଦଳମାନଙ୍କୁ ନେଇ ତିଆରି । ଏହି ମୂଲ୍ୟସବୁ କମ୍ପ୍ୟୁଟରର ପୂର୍ବ ଅବସ୍ଥାକୁ ବଦଳାଇଥାଏ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ସୈରାଟ ନାଗରାଜ ମଞ୍ଜୁଲେଙ୍କ ଦ୍ୱାରା ନିର୍ଦ୍ଦେଶିତ ଏବଂ ଏସେଲ ଭିଜନ ପ୍ରଡକ୍ସନ ଓ ଜୀ ଷ୍ଟୁଡିଓ ସହିତ ନିଜର ବ୍ୟାନର ଏଆଟପଟ ପ୍ରଡକ୍ସନ ଅନୁଶାରେ ନିର୍ମିତ ୨୦୧୬ ମସିହାର ଭାରତୀୟ ମରାଠୀ ଭାଷାର ଏକ ରୋମାଞ୍ଚକ ଫିଲ୍ମ ଅଟେ । ରିଙ୍କୁ ରାଜଗୁରୁ ଓ ଆକାଶ ଠୋସର, ନିଜ ଫିଲ୍ମରେ ଅଭିନୟ କରିଥିଲେ । ଏହି ଫିଲ୍ମ ମୁଖ୍ୟତଃ ଦୁଇ ଯୁବକ-ଯୁବତୀଙ୍କ କାହାଣୀ ଅଟେ; ଯିଏ ଭିନ୍ନ-ଭିନ୍ନ ଜାତୀର ଅଟନ୍ତି, ଦୁହେଁ ଦୁହିଁଙ୍କ ଭଲ ପାଇବାରେ ପଡିଯାନ୍ତି ଯାହାଦ୍ୱାରା ସେମାନଙ୍କ ପରିବାର ମଧ୍ୟରେ ସଂଘର୍ଷ ଶୃଷ୍ଟି ହୋଇଯାଏ ।
ବ୍ରଣ (ଇଂରାଜୀ ଭାଷାରେ Acne/ ଆକନେ, ବା acne vulgaris/ ଆକନେ ଭଲଗାରିସ) ଏକ ଦୀର୍ଘକାଳୀବ ଚର୍ମ ରୋଗ ଯାହା ମୃତ ଚର୍ମ ଜୀବକୋଷ (dead skin cells) ଓ ସେବମ (oil from the skin) ମିଶି ହେୟାର ଫଲିକ୍ଲରେ (hair follicle) ଜମା ହୋଇଯାଏ । ଏହା ଦେଖିବାକୁ ଧଳା ବା କଳା, ତେଲିଆ ଚର୍ମ ଓ ସ୍କାର (scar) ସଂଯୁକ୍ତ ହୋଇପାରେ । ଅଧିକ ସଂଖ୍ୟକ ସେବାସେଅସ ଗ୍ରନ୍ଥି ଥିବା ସ୍ଥାନମାନଙ୍କରେ ଏହି ରୋଗ ଅଧିକ ହୁଏ । ଏହି ରୋଗ ହେଲେ ରୋଗୀର ଉଦ୍ବେଗ, ଆତ୍ମ ସମ୍ମାନ ଓ ଅବସାଦ ତଥା ଆତ୍ମହତ୍ୟା ଚିନ୍ତାଧାରା ଦେଖାଯାଇପାରେ । ଶତକଡ଼ା ୮୦ ଭାଗ ରୋଗୀଙ୍କର ରୋଗର ପ୍ରାଥମିକ କାରଣ ଜେନେଟିକ (Genetics) ଥିବାର ଚିନ୍ତା କରାଯାଏ । ଧୂମ୍ରପାନ (cigarette smoking), ଖାଦ୍ୟର ପ୍ରଭାବ, ସ୍ୱାସ୍ଥ୍ୟରକ୍ଷା ବା ସୂର୍ଯ୍ୟାଲୋକ, ଏହି ରୋଗର କାରଣରୂପେ ସ୍ପଷ୍ଟ ହୋଇନାହିଁ । ଉଭୟ ପୁରୁଷ ଓ ମହିଳାଙ୍କ କ୍ଷେତ୍ରରେ ଆଣ୍ଡ୍ରୋଜେନ (androgen) ହରମୋନ (hormone) ଯୋଗୁ ଅଧିକ ସେବାସେଅସ ଗ୍ରନ୍ଥିରୁ ସେବମ (sebum) ନିର୍ଗତ ହୁଏ ଓ ତାହାହିଁ ଆଂଶିକ ଭାବରେ ଏହି ରୋଗ ସୃଷ୍ଟି କରୁଥିବା ଜଣାଯାଏ । ସାଧାରଣତଃ ଚର୍ମରେ ଥିବା ଜୀବାଣୁ କ୍ୟୁଟିବ୍ୟାକ୍ଟେରିଅମ ଆକନେ (Cutibacterium acnes) ଜୀବାଣୁମାନଙ୍କର ଅତ୍ୟାଧିକ ସଂଖ୍ୟା ବୃଦ୍ଧି ଯୋଗୁ ମଧ୍ୟ ଏହି ରୋଗର ଏକ ଘଟକ ହେବାର ସମ୍ଭାବନା ହୋଇପାରେ ।ବ୍ରଣର ଅନେକ ପ୍ରକାରର ଚିକିତ୍ସା ବିଧିରେ ଜୀବନଚର୍ଯ୍ୟାର ପରିବର୍ତ୍ତନ, ଯୋଗାଭ୍ୟାସ ଓ ଡାକ୍ତରୀ ଚିକିତ୍ସା କରାଯାଏ । ଏମାନଙ୍କ ମଧ୍ୟରୁ ଅଳ୍ପ ପରିମାଣର ମୋନୋସାକାରାଇଡ (simple carbohydrates) ଯେପରିକି ଚିନି ଖାଇଲେ ସାହାଯ୍ୟ ମିଳେ । ରୋଗାକ୍ରାନ୍ତ ଚର୍ମ ଉପରେ ସାଧାରଣତଃ ଆଜେଲିକ ଏସିଡ (azelaic acid), ବେଞ୍ଜେଲ ପେରକ୍ସାଇଡ (benzoyl peroxide) ଓ ସାଲିସିଲିକ ଏସିଡ (salicylic acid) ଲଗାଯାଏ । ଫର୍ମାସୀ କମ୍ପାନୀ ପ୍ରସ୍ତୁତ ଆଣ୍ଟିବାୟୋଟିକ ଓ ରେଟିନଏଡ ଔଷଧ ବ୍ରଣ ଉପରେ ଲଗାଯାଏ ବା ପାଟିରେ ଦିଆଯାଏ । କିନ୍ତୁ ଆଣ୍ଟିବାୟୋଟିକ ଚିକିତ୍ସାର ବ୍ୟବହାର ଯୋଗୁ ପ୍ରତିରୋଧ ହୋଇପାରେ । ମହିଳାଙ୍କ କ୍ଷେତ୍ରରେ ମିଶ୍ରିତ ଜନ୍ମ ନିରୋଧ (birth control pills ) ବଟିକା ବ୍ୟବହାର କଲେ ଫଳପ୍ରଦ ହୁଏ । ସାଂଘାତିକ ଧରଣର ରୋଗ ନିମନ୍ତେ ଆଇସୋଟ୍ରେଟିନଏନ (Isotretinoin) ବଟିକା ସଞ୍ଚୟ ବା ରିଜର୍ଭ ରଖାଯାଇପାରେ । କେତେକ ଚିକିତ୍ସାକଙ୍କ ମତରେ ରୋଗ ଆରମ୍ଭ ହେବା ସଙ୍ଗେ ସଙ୍ଗେ ଚିକିତ୍ସା ଆରମ୍ଭ କଲେ ଦୀର୍ଘକାଳୀନ ପ୍ରଭାବ କମିଯାଏ । ସନ ୨୦୧୫ରେ ସାରା ପୃଥିବୀରେ ୬୩୩ ନିୟୁତ ଲୋକ ଆକନେ ରୋଗର ଶିକାର ହୋଇଥିଲେ ଯାହା ସେହି ବର୍ଷର ଅଷ୍ଟମ ସାଧାରଣ ରୋଗରେ ପରିଗଣିତ ହୋଇଥିଲା । କିଶୋର ଅବସ୍ଥାରେ ଏହି ରୋଗ ହୁଏ; ପଶ୍ଚିମ ପୃଥିବୀରେ ପ୍ରାୟ ୮୦-୯୦% କିଶୋର ଓ କିଶୋରୀଙ୍କୁ ଏ ରୋଗ ହୁଏ । ଗାଁଗହଳିରେ ଏହି ରୋଗ କମ୍ ହେଉଥିବାର ରିପୋର୍ଟ ମିଳିବା ଦେଖାଯାଏ । କିଶୋର ବୟସ ପୂର୍ବରୁ ଓ ପରେ ମଧ୍ୟ ରୋଗ ହୋଇପାରେ । ବୟଃପ୍ରାପ୍ତ ହୋଇଗଲେ ଏହି ରୋଗ କମିଯାଏ, ବିଂଶ ଓ ତ୍ରିଂଶ ବୟସ ବେଳକୁ ପ୍ରାୟ ଅଧା ଲୋକଙ୍କର ଏହା ରହେ ଓ ଚାଳିଷ ଦଶକ ବେଳକୁ ଅଳ୍ପ ସଂଖ୍ୟକ ଲୋକଙ୍କର ଏହି ରୋଗ ରହେ ।
ଭାରତରେ ପ୍ରଚଳିତ ଶାସ୍ତ୍ରୀୟ ନୃତ୍ୟମାନଙ୍କ ମଧ୍ୟରୁ ଓଡ଼ିଶୀ ନୃତ୍ୟ ଅନ୍ୟତମ । ଏହାର ପରମ୍ପରା ଅତି ପ୍ରାଚୀନ । ଖାରବେଳଙ୍କ ସମୟରେ ଖୋତିତ ରାଣୀଗୁମ୍ଫା,ସ୍ୱର୍ଗପୁରୀ ଓ ମଞ୍ଚପୁରୀ ଗୁମ୍ଫାର ଗାତ୍ରରେ ଦେଖିବାକୁ ମିଳୁଥିବା ନର୍ତ୍ତକୀମାନଙ୍କର ପ୍ରତିମା ତଥା ହାତୀଗୁମ୍ଫା ଅଭିଲେଖରେ ବର୍ଣ୍ଣିତ ନୃତ୍ୟ ଓଡ଼ିଶୀନୃତ୍ୟର ପ୍ରାଚୀନତା ପ୍ରତିପାଦନ କରେ । ଭରତଙ୍କ ନାଟ୍ୟଶାସ୍ତ୍ରରେ ଉଲ୍ଲିଖିତ କଳିଙ୍ଗ ନୃତ୍ୟ ଶୈଳୀ ଓଡ଼ିଶୀ ନୃତ୍ୟର ସ୍ୱାତନ୍ତ୍ରତା ପ୍ରମାଣିତ କରେ । ଭୁବନେଶ୍ୱରର ପର୍ଶୁରାମେଶ୍ୱର ମନ୍ଦିର,ବୈତାଳ ମନ୍ଦିର,ଶିଶିରେଶ୍ୱର ମନ୍ଦିର, ମାର୍କଣ୍ଡେଶ୍ୱର ମନ୍ଦିର,ମୁକ୍ତେଶ୍ୱର ମନ୍ଦିର, ରାଜରାଣୀ ମନ୍ଦିର,ଲିଙ୍ଗରାଜ ମନ୍ଦିର, ମେଘେଶ୍ୱର ମନ୍ଦିର ପ୍ରଭୃତି, ପୁରୀର ଜଗନ୍ନାଥ ମନ୍ଦିର ଏବଂ କୋଣାର୍କ ସୂର୍ଯ୍ୟମନ୍ଦିରର ବର୍ହିଭାଗରେ ଖୋଦିତ ନର୍ତ୍ତକୀ ଓ ନାୟିକାମାନଙ୍କର ଅଙ୍ଗଭଙ୍ଗୀ ଓ ମୁଦ୍ରାରୁ ଓଡ଼ିଶୀ ନୃତ୍ୟର ପରମ୍ପରା ସମୃଦ୍ଧ ହୋଇଥିବା ଜଣାଯାଏ । ପରବର୍ତ୍ତୀ କାଳରେ ଏହି ନୃତ୍ୟ ଦେବଦାସୀ ନୃତ୍ୟ (ମାହାରୀ) ଓ ଗୋଟିପୁଅମାନଙ୍କଦ୍ୱାରା ପରିବେଷିତ ହୋଇ ଆସୁଥିଲା । ଆମଦେଶ ସ୍ୱାଧୀନ ହେବା ପରେ ଏହି ନୃତ୍ୟ ପରମ୍ପରାର ପୁନରୁଦ୍ଧାର କରାଯାଇ ଓଡ଼ିଶୀ ନାମରେ ନାମିତ କରାଗଲା ଓ ଏହା ଶାସ୍ତ୍ରୀୟ ନୃତ୍ୟର ମର୍ଯ୍ୟାଦା ଲାଭ କଲା । ଏହି ଉଦ୍ୟମରେ ସାର୍ଥକତା ଲାଭକରିଥିବା ବ୍ୟକ୍ତିମାନକ ମଧ୍ୟରୁ କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକ, ନୃତ୍ୟଗୁରୁ ପଙ୍କଜଚରଣ ଦାସ, ଦେବପ୍ରସାଦ ଦାସ ଓ କେଳୁଚରଣ ମହାପାତ୍ର ଅନ୍ୟତମ ।
ଏହି ବିଷୟଟି ମାନବ ଫୁସଫୁସ ବିଷୟରେ ଲେଖାଯାଇଛି । ଫୁସଫୁସ ଶ୍ୱାସକ୍ରିୟା ନିମନ୍ତେ ଉଦ୍ଦିଷ୍ଟ ମାନବ ଶରୀରର ଏକ ଅଙ୍ଗ । ଶରୀରରେ ଦୁଇଟି ଫୁସଫୁସ ଥାଏ, ଡାହାଣ ଫୁସଫୁସ ଓ ବାମ ଫୁସଫୁସ । ଏହା ଛାତି ଭିତରେ ଥାଏ । ଡାହାଣ ଫୁସଫୁସରେ ତିନୋଟି ଭାଗ ଥାଏ ଓ ବାମ ଫୁସଫୁସରେ ଦୁଇଟି ଭାଗ ଥାଏ । ବାମ ଫୁସଫୁସରେ ଗୋଟିଏ ବକ୍ର ଅଂଶ ଥାଏ ଓ ଏହା ପାଖରେ ହୃତପିଣ୍ଡ ଥାଏ । ପ୍ଲୁରା ନାମକ ଗୋଟିଏ ପତଳା ଝିଲ୍ଲୀ ଆବରଣ ଫୁସଫୁସକୁ ଘୋଡେଇ ରଖିଥାଏ । ପ୍ରତ୍ୟେକ ଫୁସ୍ଫୁସରେ ଦୁଇ ପ୍ରକାର ଅଂଶ ଦେଖାଯାଏ, ବାୟୁ ବାହୀ ନଳୀ ଓ ଫୁସଫୁସ ପାରେନକାଇମା । ଟ୍ରାକିଆ ନାମକ ବାଯୁବାହୀ ନଳୀ ତଣ୍ଟିରୁ ଆରମ୍ଭ ହୋଇ ଆସେ ଓ ଦୁଇ ଭାଗ ହୋଇ ବ୍ରୋଙ୍କସ ନାମରେ ଫୁସଫୁସ ମଧ୍ୟକୁ ପ୍ରବେଶ କରିଥାଏ । ଏହି ବ୍ରୋଙ୍କସ ଫୁସଫୁସ ମଧ୍ୟରେ ଶାଖା ପ୍ରଶାଖା ମେଲେଇ ବ୍ରୋଙ୍କିଓଲ ନାମ ନିଏ ଓ ଅତି ସରୁ ନଳୀରେ ପରିଣତ ହୁଏ । ପରିଶେଷରେ ଏହା ଫୁସଫୁସର ଆଲଭିଓଲାଇରେ ଶେଷ ହୁଏ । ଦୁଇଟିଯାକ ଫୁସଫୁସରେ ୨୪୦୦ କି.ମି.
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
୧୪ ନଭେମ୍ବର ୧୯୯୧୯ ମସିହାର ସମ୍ବଲପୁର ଜିଲ୍ଲାସ୍ଥ ଧମା ଥାନା ଅନ୍ତର୍ଗତ ମାନେଶ୍ୱର ବ୍ଳକର ଗୋଲଣ୍ଡା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ସମ୍ବଲପୁର ଜିଲ୍ଲା ସ୍କୁଲରୁ ପ୍ରାଥମିକ ଶିକ୍ଷା ଲାଭ ପରେ ରେଭେନ୍ସା ମହାବିଦ୍ୟାଳୟରୁ ଇଣ୍ଟରମିଡ଼ିଏଟ ଓ ସ୍ନାତକ ଶିକ୍ଷା ସମାପ୍ତ କରିଥିଲେ । ବ୍ରହ୍ମପୁରରେ ଅବକାରୀ ଉପନିରିକ୍ଷକ ଭାବେ ଚାକିରି ଜୀବନ ଆରମ୍ଭ କରି ସହ-କମିଶନର ଭାବେ ଅବସର ଗ୍ରହଣ କରିଥିଲେ । ରାଧାମୋହନ ଗଡ଼ନାୟକଙ୍କ ଠାରୁ ପ୍ରେରଣା ଲାଭ କରିଥିଲେ ।
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣୀ ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।
ହିମାଳୟ ପର୍ବତଶ୍ରେଣୀ ବା ହିମାଳୟ ପର୍ବତମାଳା ବା କେବଳ ହିମାଳୟ (ଇଂରାଜୀରେ Himalayas) ଏସିଆ ମହାଦେଶର ଏକ ପର୍ବତଶ୍ରେଣୀ ଯାହା ଭାରତୀୟ ଉପମହାଦେଶ ଓ ତିବ୍ବତୀୟ ମାଳଭୂମି ମଧ୍ୟରେ ଅବସ୍ଥିତ । ପୃଥିବୀର ଅନେକ ଉଚ୍ଚ ଗିରିଶୃଙ୍ଗ ଏହି ପର୍ବତମାଳାର ଅଂଶବିଶେଷ । ତନ୍ମଧ୍ୟରୁ ବିଶ୍ୱର ସର୍ବୋଚ୍ଚ ଗିରିଶୃଙ୍ଗ ଏଭେରେଷ୍ଟ୍ ଅନ୍ୟତମ । ହିମାଳୟ ପର୍ବତମାଳାରେ ୫୦ରୁ ଅଧିକ ପର୍ବତ ରହିଛି ଯାହାର ସମୁଦ୍ରପତନରୁ ଉଚ୍ଚତା ୭୨୦୦ ମିଟର୍ ବା ତତୋଧିକ । ୮୦୦୦ ମିଟର୍ରୁ ଉଚ୍ଚ ୧୪ଟି ଶୃଙ୍ଗ ମଧ୍ୟରୁ ୧୦ଟି ହିମାଳୟରେ ରହିଛି । ଏସିଆ ବାହାରେ ରହିଥିବା ସର୍ବୋଚ୍ଚ ଗିରିଶୃଙ୍ଗ ହେଉଛି ଆଣ୍ଡିଜ୍ ପର୍ବତମାଳାର ଆକାଙ୍କାଗୁଆ (୬୯୬୧ ମିଟର୍) ।ଭାରତୀୟ ପ୍ଲେଟ୍ ସଞ୍ଚାଳିତ ହୋଇ ୟୁରେସିଆ ପ୍ଲେଟ୍ ସହିତ ଧକ୍କା ହେବା ପରେ ଦୁଇଟି ପ୍ଲେଟ୍ ଯଥାକ୍ରମେ ନିମ୍ନ ଓ ଉର୍ଦ୍ଧ୍ୱଗାମୀ ହେଲେ ଓ ସେଥିରୁ ହିମାଳୟ ସୃଷ୍ଟି ହୋଇଥିଲା । ହିମାଳୟ ପର୍ବତମାଳା ପଶ୍ଚିମ-ଉତ୍ତରପଶ୍ଚିମ ଓ ପୂର୍ବ-ଦକ୍ଷିଣପୂର୍ବ ଦିଗରେ ୨୪୦୦ କିଲୋମିଟର୍ ବ୍ୟାପ୍ତ ଏକ ବିଶାଳ ତୋରଣ ପରି । ହିମାଳୟର ପଶ୍ଚିମସୀମା ହେଉଛି “ନଙ୍ଗା ପର୍ବତ”, ଯାହା ସିନ୍ଧୁ ନଦୀର ଉତ୍ତରତମ ବାଙ୍କର ଠିକ୍ ଦକ୍ଷିଣପଟକୁ ଅବସ୍ଥିତ । ହିମାଳୟର ପୂର୍ବ ସୀମା “ନାମ୍ଚା ବରୁଆ” ୟାର୍ଲୁଂ ତ୍ସାଂଗପୋ ନଦୀର (ନିଜର ଉପରମୁଣ୍ଡରେ ବ୍ରହ୍ମପୁତ୍ର ନଦୀ ଏହି ନାମରେ ଜଣାଶୁଣା) ବଡ଼ ବାଙ୍କର ଠିକ୍ ପଶ୍ଚିମ ପଟକୁ ରହିଛି । ହିମାଳୟର ଉତ୍ତର-ପୂର୍ବ ଦିଗକୁ କାରାକୋରମ୍ ଓ ହିନ୍ଦୁକୁଶ ପର୍ବତଶ୍ରେଣୀ ରହିଛନ୍ତି । ୫୦-୬୦ କିଲୋମିଟର୍ ପ୍ରସ୍ଥ ବିଶିଷ୍ଟ “ଇଣ୍ଡସ୍-ତ୍ସାଙ୍ଗପୋ ସୁଚ୍ୟର୍” ନାମକ ଟେକ୍ଟୋନିକ୍ ଉପତ୍ୟକା ହିମାଳୟର ଉତ୍ତରାଂଶକୁ ତିବ୍ବତୀୟ ମାଳଭୂମିଠାରୁ ବିଚ୍ଛିନ୍ନ କରୁଛି । ହିମାଳୟ ବଳୟର ଦକ୍ଷିଣ ପଟକୁ ଗାଙ୍ଗେୟ ସମତଳ ଭୂମି ଅବସ୍ଥିତ । ପଶ୍ଚିମ ପାକିସ୍ତାନରେ ହିମାଳୟ ପର୍ବତଶ୍ରେଣୀର ପ୍ରସ୍ଥ ୩୫୦ କି.ମି. ହୋଇଥିବା ବେଳେ ପୂର୍ବରେ (ଅରୁଣାଚଳ ପ୍ରଦେଶ) ଏହାର ପ୍ରସ୍ଥ ପ୍ରାୟ ୧୫୦ କି.ମି.
ସ୍ପେନ, (ଅଧିକାରିକ ଭାବେ ସ୍ପେନର ରାଜତନ୍ତ୍ର) ମୁଖ୍ୟତଃ ଦକ୍ଷିଣ-ପୂର୍ବ ଇଉରୋପରେ ଥିବା ଏକ ଦେଶ। ଏହା ପ୍ରାୟତଃ ଇବେରିୟ ପ୍ରାୟଦ୍ୱୀପରେ ଅବସ୍ଥିତ ଏବଂ ଏହାର ଦୁଇଟି ଆଫ୍ରିକୀୟ ପରୀକ୍ଷେତ୍ର ଅଛି (ଯଥା କେଉଟା ଏବଂ ମେଇଆ) । ଏହାର ଏକ ଦ୍ୱୀପକୁଞ୍ଜ (କନାରୀ ଦ୍ବୀପ) ଆଫ୍ରିକୀୟ ତଟଠାରୁ ୧୦୦ କିମି ଦୂରତାରେ ଅବସ୍ଥିତ ଏବଂ ଅନ୍ୟ ଏକ ଦ୍ୱୀପକୁଞ୍ଜ (ବାଲେଆରିକ ଦ୍ବୀପ) ମଧ୍ୟ ସାଗରରେ ଅବସ୍ଥିତ । ଏହା ହେଉଛି ଏକ ମାତ୍ର ଇଉରୋପୀୟ ଦେଶ ଯିଏ ଆଫ୍ରିକା ସହିତ ଏକ ଭୌତିକ ସୀମା ଭାଗ କରେ । ଅଲବୋରାନ ସାଗରରେ ଅବସ୍ଥିତ ଅନେକ ଦ୍ବୀପ ମଧ୍ୟ ଏହି ଦେଶର ଅଂଶ ଅଟନ୍ତି । ସ୍ପେନର ମୁଖ୍ୟଭୂମି ଉତ୍ତରରେ ଫ୍ରାନ୍ସ , ପଶ୍ଚିମରେ ପର୍ତ୍ତୁଗାଲ ଏବଂ ଦକ୍ଷିଣରେ ଇଂଲଣ୍ଡ ସହିତ ଭୌତିକ ସୀମା ଭାଗ କରେ । ଏହା ଦକ୍ଷିଣ ଏବଂ ପୂର୍ବରେ ଭୂମଧ୍ୟ ସାଗରଦ୍ୱାରା ଘେରି ହୋଇ ଅଛି କେବଳ ଗୋଟେ ଛୋଟ ଭୂମି ସୀମାକୁ ଛାଡି଼ଦେଲେ (ଜିବ୍ରାଲଟାର) ଯାହାକି ଏକ ଇଂରେଜ କ୍ଷେତ୍ର ଅଟେ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ .
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି ।
ଇନ୍ଦିରା ପ୍ରିୟଦର୍ଶିନୀ ଗାନ୍ଧୀ, ଭାରତର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଥିଲେ । ପ୍ରଧାନମନ୍ତ୍ରୀ ଭାବେ ୧୯୬୬ରୁ ୧୯୭୭ ଯାଏଁ ଏବଂ ପରେ ୧୯୮୦ରୁ ୧୯୮୪ (ଇନ୍ଦିରା ଗାନ୍ଧୀଙ୍କ ହତ୍ୟା) ପର୍ଯ୍ୟନ୍ତ ସର୍ବାଧିକ ଦିନ ଦେଶର ସେବା କରିବାରେ ସେ ହେଉଛନ୍ତି ଦ୍ୱିତୀୟ ଭାରତୀୟ ପ୍ରଧାନମନ୍ତ୍ରୀ । ଇନ୍ଦିରା ଗାନ୍ଧୀ ଭାରତର ପ୍ରଥମ ପ୍ରଧାନ ମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ଏକମାତ୍ର ସନ୍ତାନ । ୧୯୫୯ ମସିହାରେ ଭାରତୀୟ ଜାତୀୟ କଂଗ୍ରେସର ସଭାପତି ଭାବେ ନିର୍ବାଚିତ ହୋଇ ସେ ତାଙ୍କର ରାଜନୈତିକ ଜୀବନ ଆରମ୍ଭ କରିଥିଲେ । ୧୯୬୪ରେ ପିତାଙ୍କ ମୃତ୍ୟୁ ପରେ ପ୍ରଧାନ ମନ୍ତ୍ରୀ ପଦପାଇଁ ଦୌଡରେ ସାମିଲ ହେବାକୁ ମନାକରି ଲାଲ ବାହାଦୁର ଶାସ୍ତ୍ରୀଙ୍କ ମନ୍ତ୍ରୀମଣ୍ଡଳରେ ଜଣେ କ୍ୟାବିନେଟ ମନ୍ତ୍ରୀଭାବେ ଯୋଗ ଦେଇଥିଲେ । ଶାସ୍ତ୍ରୀଙ୍କ ମୃତ୍ୟୁପରେ, ୧୯୬୬ରେ ଅନୁଷ୍ଠିତ ସାଧାରଣ ନିର୍ବାଚନରେ ସେ ତାଙ୍କ ବିରୋଧୀ ପ୍ରାର୍ଥୀ ମୋରାରଜୀ ଦେଶାଇଙ୍କୁ ପରାସ୍ତ କରି ଭାରତର ପ୍ରଧାନ ମନ୍ତ୍ରୀ ଭାବେ ନିର୍ବାଚିତ ହେଲେ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ପୌରାଣିକ ମତରେ ଶିବ ସୃଷ୍ଟି ନିର୍ମାଣ ହେତୁ ନିଜଠାରୁ ଶକ୍ତିକୁ ପୃଥକ କଲେ । ଶିବ ନିଜେ ପୁରୁଷର ପ୍ରତୀକ ହେଲେ ଶକ୍ତି ହେଉଛନ୍ତି ସ୍ତ୍ରୀରୂପା । ଶିବ ଯେହେତୁ ପୁରୁଷ (ଶିବ)ଏବଂ ଶକ୍ତି (ସ୍ତ୍ରୀ)ର ଏକ ସମ୍ମେଳନ; ଅତଏବ ଶିବ ନର ଓ ନାରୀ ଉଭୟର ସମାହାର । ଅନ୍ୟ ଅର୍ଥରେ କହିବାକୁ ଗଲେ ଶିବଙ୍କ ଏକ ରୂପକୁ ଅର୍ଦ୍ଧନାରୀଶ୍ଵର ମଧ୍ୟ କୁହାଯାଏ । ଶିଵଙ୍କର ପୁରୁଷ ଓ ପ୍ରକୃତି ରୂପର ଏକ ଅଦ୍ଭୁତ ସମ୍ମେଳନ ହେଉଛି ଅର୍ଦ୍ଧ ନାରୀଶ୍ୱର ରୂପ । ଅର୍ଦ୍ଧ ନାରୀଶ୍ୱର ରୂପର ଦକ୍ଷିଣ ପାର୍ଶ୍ଵ ନର ବା ପୁରୁଷର ପ୍ରତୀକ ଭାବେ ଚିତ୍ରିତ କରାଯାଇଥିବା ବେଳେ ଏହାର ଵାମ ଭାଗ ନାରୀ ଵା ଶକ୍ତିର ପ୍ରତୀକ ଭାବେ ଚିତ୍ରିତ ।ତେବେ ଏ ସବୁ ମୂଳରେ ଗୋଟିଏ କଥା ସ୍ପଷ୍ଟ ଯେ ଶିବ ଓ ଶକ୍ତି ଏକ ଓ ଅଭିନ୍ନ, ଗୋଟିଏ ଅନ୍ୟର ପରିପୁରକ ।
ସୁଇଜରଲ୍ୟାଣ୍ଡ / ସ୍ୱିଜରଲ୍ୟାଣ୍ଡ ବା ସ୍ୱିସ୍ ସଂଘରାଜ୍ୟ ଇଉରୋପର ଏକ ସଂଘୀୟ ଗଣତାନ୍ତ୍ରିକ ଦେଶ । ସ୍ୱିଜରଲ୍ୟାଣ୍ଡ ଦେଶ ୨୬ଟି ସଂଘରାଜ୍ୟ ବା କ୍ୟାଣ୍ଟନରେ ବିଭକ୍ତ ଓ ବର୍ନ୍ (ଈଂରାଜୀରେ Bern) ଏହି ଦେଶର ରାଜଧାନୀ । ପଶ୍ଚିମ ଇଉରୋପର କେନ୍ଦ୍ରରେ ସ୍ୱିଜରଲ୍ୟାଣ୍ଡ ଅବସ୍ଥିତ । ସ୍ୱିଜରଲ୍ୟାଣ୍ଡକୁ ଦକ୍ଷିଣ ପଟେ ଇଟାଲି, ପଶ୍ଚିମ ପଟେ ଫ୍ରାଂସ୍, ଉତ୍ତର ପଟେ ଜର୍ମାନୀ ଓ ପୂର୍ବପଟେ ଅଷ୍ଟ୍ରିଆ ଏବଂ ଲିଖଟେନଷ୍ଟାଇନ୍ ଘେରି ରହିଛନ୍ତି । ଚାରିପଟୁ ସ୍ଥଳଭାଗଦ୍ୱାରା ପରିବେଷ୍ଟ ଏହି ଦେଶର କ୍ଷେତ୍ରଫଳ ପ୍ରାୟ ୪୧୨୮୫ ବର୍ଗ କିଲୋମିଟର୍ (୧୫୯୪୦ ବର୍ଗ ମାଇଲ୍) । ଭୌଗୋଳିକ ଦୃଷ୍ଟିକୋଣରୁ ଏହାର ଭୂଭାଗ ଆଲ୍ପସ୍ ପର୍ବତଶ୍ରେଣୀ, ସ୍ୱିସ୍ ଉଚ୍ଚ-ସମଭୂମି ଓ ଜୁରା ପର୍ବତାଞ୍ଚଳଦ୍ୱାରା ଶୋଭିତ । ଆଲ୍ପସ୍ ପର୍ବତଶ୍ରେଣୀ ଏହି ଦେଶର ଅଧିକାଂଶ ଭାଗ ଅଧିକାର କରିଥିବା ବେଳେ ଏହାର ଉଚ୍ଚ ସମତଳ ଭୂମିରେ ପ୍ରାୟ ୮୦ ଲକ୍ଷ ସ୍ୱିସ୍ (ଈଂରାଜୀରେ Swiss) ନାଗରିକ ବସବାସ କରିଥାନ୍ତି । ଏହି ଉଚ୍ଚ ସମତଳ ଭୂମିରେ ଅନେକ ପ୍ରମୁଖ ନଗର ଗଢ଼ି ଉଠିଛି । ବିଶ୍ୱ ଅର୍ଥନୀତିର ପ୍ରମୁଖ କେନ୍ଦ୍ର ଭାବେ ପରିଗଣିତ ଜୁରିକ୍ ଓ ଜେନିଭା ତନ୍ମଧ୍ୟରୁ ଅନ୍ୟତମ ।
କ୍ଲାଉଡ଼ ଟେକ୍ନୋଲୋଜି ଏକ ଇଣ୍ଟରନେଟଦ୍ୱାରା ପ୍ରଚଳିତ ଟେକ୍ନୋଲୋଜି । ଏହାକୁ ଅନ୍ ଡିମାଣ୍ଡ କମ୍ପ୍ୟୁଟିଙ୍ଗ ମଧ୍ୟ କୁହାଯାଏ । ଏଠାରେ ଡାଟା ଓ ରିସୋରସ୍ ଗୁଡିକ ଏକ ଗ୍ରୁପ୍ ମଧ୍ୟରେ ଯୋଡି ହୋଇଥିବା କମ୍ପୁଟର ସହିତ ବଣ୍ଟନ କରାଯାଇଥାଏ । ଏକ ଗ୍ରୁପ୍ରେ ଯୋଡିହୋଇରହିଥିବା କମ୍ପୁଟର ମାନଙ୍କୁ ଏକ ସମୂହକୁ ଏହି ଡାଟା ଏବଂ ରିସୋରସ୍ ସବୁ ଦେଖିପାରିବେ । କ୍ଲାଉଡ୍ କମ୍ପୁଟିଂଗ୍ ଓ ଷ୍ଟୋରେଜ୍ ସଲୟୁସନ୍ କ୍ଲାଉଡ୍ ଟେକ୍ନୋଲଜି ବ୍ୟବହାରକାରିଙ୍କୁ ଓ ସଂସ୍ଥା ମାନଙ୍କୁ ଷ୍ଟୋରେଜ୍ ପାଇଁ ଜାଗା ପ୍ରଦାନ କରେ ଓ ଥାର୍ଡ ପାର୍ଟି ଡାଟା ସେଣ୍ଟର୍ଦ୍ୱାରା ତାଙ୍କର ଷ୍ଟୋର କରିଥିବା ଡାଟାକୁ ପ୍ରକ୍ରିୟା କରିବାର କ୍ଷମତା ଦିଏ । କ୍ଲାଉଡ୍ ଟେକ୍ନୋଲାଜି ନେଟୱର୍କିଂ ପାଇଁ ଏକ ଆଦର୍ଶ । ଏହା ସର୍ବବ୍ୟପୀ, ସୁବିଧାଜନକ, ଓ ଅନ୍-ଡିମାଣ୍ଡରେ (ଆବଶ୍ୟକତା ଅନୁସାରେ) ଏକ ନେଟୱର୍କ୍-କମ୍ପୁଟର ରିସୋର୍ସକୁ ନିଜର କ୍ଲାଉଡ୍ର ରିସୋର୍ସ୍ ବ୍ୟବହାର କରିବାର ଅନୁମତି ଓ ସୁବିଧା ମଧ୍ୟ ପ୍ରଦାନ କରିଥାଏ । ବଦଳ କରିହେଉଥିବା କମ୍ପ ରେସୋର୍ସ୍ ନେଟ୍ୱର୍କ, ସର୍ଭର, ଷ୍ଟୋରେଜ, ଆପ୍ଲିକେସନ୍ ଓ ସର୍ଭିସ୍ର ଏକ ସମୁହ । ଏହାକୁ ଅତି ଶୀଘ୍ର ଭାବରେ ଅଳ୍ପ ଖର୍ଚରେ ମ୍ୟନେଜ୍ କରିହୁଏ । ପ୍ରସ୍ତାବକ ଏହା ଦାବୀ କରନ୍ତି ଯେ କ୍ଲାଉଡ କମ୍ପ୍ୟୁଟିଙ୍ଗ୍ ବଡ ବଡ ଅନୁଷ୍ଠାନ ମାନଙ୍କୁ ନିଜର ପରିକଳ୍ପନା ଉପରେ ନିଜର ଧ୍ୟାନ କନ୍ଦ୍ରିତ କରି ଇନ୍ଫାଷ୍ଟ୍ରକ୍ଚର ଖର୍ଚ କମ କରିବାରେ ସାହଜ୍ୟ କରିଥାଏ । ଏହି ଅନୁଷ୍ଠାନ ଗୁଡିକ ଏହା ମଧ୍ୟ ଦାବି କରନ୍ତି ଯେ ଉଦ୍ୟୋଗ କର୍ମୀ ମାନଙ୍କ ପାଇଁ ତାଙ୍କର ଆପ୍ଲିକେସନକୁ ଦ୍ରୁତ ଗତିରେ ଚଳାଇବା ପାଇଁ ଓ ଅଧିକ ସୁବିଧାରେ ଓ କମ୍ ଭରଣପୋଷଣ କରି ଚଳାଇରଖିବାକୁ କ୍ଲାଉଡ ଟେକ୍ନୋଲଜି ସୁବିଧା ପ୍ରଦାନ କରେ । ଆଇ.ଟିର ଦ୍ରୁତଗତିରେ ବୃଦ୍ଧି ହେଉଥିବା ବେଳେ ବ୍ୟବସାୟ ଡିମାଣ୍ଡ ଓ ବୃଦ୍ଧି-ହ୍ରାସକୁ ସଠିକ୍ ଭାବରେ ବ୍ୟବସ୍ଥିତ କରିବା ପାଇଁ ମଧ୍ୟ କ୍ଲାଉଡ୍ ଟେକ୍ନୋଲଜି ସହଜୋଗ କରିଥାଏ ।