ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ୱରୂପରାଣୀ ଥିଲା । ସେ ସ୍ୱାଧିନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
କ୍ଲୋଜାପିନ, ବିକ୍ରୟ ନାମ କ୍ଲୋଜାରିଲ, ରିସପେରିଡିନ ଏକ ଅସାମାନ୍ୟ ମନୋବିକ୍ଷିପ୍ତରୋଧୀ ଔଷଧ । ଏହା ମୂଖ୍ୟତଃ କୌଣସି ଔଷଧରେ ଭଲ ନ ହେଉଥିବା ସିଜୋଫ୍ରେନିଆ ରୋଗରେ ଦିଆଯାଏ । ସିଜୋଫ୍ରେନିଆ ଓ ସିଜୋଆଫେକ୍ଟିଭ ଡିଜଅର୍ଡ଼ର ରୋଗମାନଙ୍କରେ ଏହା ଆତ୍ମହତ୍ୟା ପ୍ରବଣତା କମ କରେ । ଏହା ସାଧାରଣ ସାଧାରଣ ମନୋବିକ୍ଷିପ୍ତରୋଧୀ ଔଷଧ ଅପେକ୍ଷା ଅଧିକ କାର୍ଯ୍ୟକ୍ଷମ । ଏହା ପାଟିରେ ଦିଆଯାଏ । କ୍ଲୋଜାପିନ ଗ୍ରହଣ କଲେ ଅଧିକ ସ୍ୱଳ୍ପ ଶ୍ୱେତ ରକ୍ତ କଣିକା ହୋଇଯିବା ସଙ୍କଟ ରହେ, ଫଳରେ ମୃତ୍ୟୁ ସମ୍ଭାବନା ରହେ । ଏହି ସଙ୍କଟରୁ ବର୍ତ୍ତିବା ନିମନ୍ତେ ରକ୍ତ ପରୀକ୍ଷାର ନିୟମିତ ପର୍ଯ୍ୟବେକ୍ଷଣ ଆବଶ୍ୟକ । ଅପସ୍ମାର ଆକ୍ରମଣ, ହୃତପେଶୀ ପ୍ରଦାହ, ଅତି ରକ୍ତ ଶର୍କରା ଇତ୍ୟାଦି ମାରାତ୍ମକ ସଙ୍କଟ ଓ ଡିମେନସିଆ ଯୋଗୁ ସାଇକୋସିସ ହୋଇ ମୃତ୍ୟୁ ସଙ୍କଟ ହୁଏ । ଏହା ବ୍ୟତୀତ ନିଦ୍ରାଳୁ ଭାବ, ଶୁଷ୍କ ପାଟି, ନିମ୍ନ ରକ୍ତଚାପ, ଦୃଷ୍ଟି ସମସ୍ୟା ଓ ଶିରଭ୍ରମ (dizziness) ଇତ୍ୟାଦି ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟା ଦେଖାଯାଏ । ପ୍ରାୟ ୫% ରୋଗୀଙ୍କର ସ୍ଥାୟୀ ଟାର୍ଡ଼ିଭ ଡିସକାଇନେସିଆ ସଙ୍କଟ ରହେ । ଏହାର କାର୍ଯ୍ୟ ପ୍ରକ୍ରିୟା ସ୍ପଷ୍ଟ ନୁହେଁ ।ସନ ୧୯୬୦ରେ କ୍ଲୋଜାପିନ ଆବିଷ୍କୃତ ହୋଇ ସନ ୧୯୭୧ରେ ବ୍ୟବହୃତ ହେଲା । ଏହା ପ୍ରଥମ ମନୋବିକ୍ଷିପ୍ତରୋଧି ଔଷଧ ଥିଲା । ଏହାର ନାମ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଅତ୍ୟାବଶ୍ୟକୀୟ ଔଷଧ ଚିଠାରେ ଅଛି ଯାହା ମୌଳିକ ସ୍ୱାସ୍ଥ୍ୟ ସିସ୍ଟମ ନିମନ୍ତେ ଅତି ମହତ୍ତ୍ୱପୂର୍ଣ୍ଣ । ଏହା ଜେନେରିକ ଔଷଧ ନାମରେ ଉପଲବ୍ଧ ହୁଏ । ଏହାର ହୋଲସେଲ ମୂଲ୍ୟ ସନ ୨୦୧୪ରେ ଦୈନିକ ୦.୦୫ରୁ ୨.୧୦ ଆମେରିକୀୟ ଡଲାର ଥିଲା ।
କାର୍ତ୍ତିକ ପୂର୍ଣ୍ଣମା, ରାସ ବା ରାସ ପୂର୍ଣ୍ଣିମା ନାମରେ ମଧ୍ୟ ପରିଚିତ । ଓଡ଼ିଶାର ଆଚାର ବିଚାର, ଚାଲିଚଳଣି ତଥା ଧର୍ମୀୟ ଭାବନା ସହିତ ଏହି ପର୍ବ ଓତପ୍ରୋତ ଭାବେ ଜଡ଼ିତ । ଗୌରବମୟ ଉତ୍କଳର ପ୍ରାଚୀନ ଇତିହାସ ସହିତ ଏହା ଏତେ ନିବିଡ଼ ଭାବରେ ସଂପୃକ୍ତ ଯେ ଏହି ଦିବସର ଗୁରୁତ୍ୱକୁ ବାଦ ଦେଲେ ଖ୍ରୀଷ୍ଟପୂର୍ବୀୟ କାଳରେ ଓଡ଼ିଶାରେ ନୌବାଣିଜ୍ୟ ସମ୍ପର୍କରେ ଚିନ୍ତା ବି କରାଯାଇ ପାରେ ନାହିଁ । ଅତଏବ ଧର୍ମଗତ ତଥା ଐତିହାସିକ ଉଭୟ ଦୃଷ୍ଟିକୋଣରୁ ଏହାର ମୂଲ୍ୟବୋଧ ଅତୀବ ବୈଶିଷ୍ଟ୍ୟ ପରିପୂର୍ଣ୍ଣ ।
କୋହିନୂର ଏକ ମୂଲ୍ୟବାନ ହୀରା,ଯାହା ଆନ୍ଧ୍ର ପ୍ରଦେଶର କୋଲୁର ଖଣିରୁ ମିଳିଥିଲା । ପ୍ରଥମେ ଯେତେବେଳେ ହୀରାଖଣି ଗର୍ଭରୁ ଆବିଷ୍କୃତ ହୋଇଥିଲା, ସେତେବେଳେ ଏହାର ଓଜନ ଆଠଶହ ତୋଳା ଥିଲା । ଗୋଲକୁଣ୍ଡାର ଏକ ଖଣି ଗର୍ଭରୁ ଆବିଷ୍କୃତ ଏକଶତ ବୟାନବେ ତୋଳା ଓଜନ ବିଶିଷ୍ଟ ଏହି ହୀରାରୁ ବହୁ ରାଜା, ସମ୍ରାଟମାନେ ନିଜ ନିଜ ପସନ୍ଦରେ ତହିଁରୁ କିଛିି କାଟି ତାକୁ ନିଜ ନିଜ ମୁକୁଟରେ ଲଗାଇଲା ପରେ ଶେଷକୁ ଏହାର ଓଜନ ଆଉ ମାତ୍ର ଏକଶତ ନଅ ତୋଳା ରହିଥିଲା । ୧୮୫୨ରେ ଇଂରେଜ ସରକାର ପଞ୍ଜାବ ଜୟକରି କୋହିନୂରକୁ ଲଣ୍ଡନ ପଠାଇବା ପର୍ଯ୍ୟନ୍ତ ଏହା ସ୍ଥାନାନ୍ତରିତ ହେବାର ପ୍ରଶ୍ନ ନ ଥିଲା । ବର୍ତ୍ତମାନ ଏହା ଇଂଲଣ୍ଡରେ ବ୍ରିଟିଶରାଣୀଙ୍କ ମୁକୁଟରେ ଶୋଭାପାଉଛି।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ହିମାଳୟ ପର୍ବତଶ୍ରେଣୀ ବା ହିମାଳୟ ପର୍ବତମାଳା ବା କେବଳ ହିମାଳୟ (ଇଂରାଜୀରେ Himalayas) ଏସିଆ ମହାଦେଶର ଏକ ପର୍ବତଶ୍ରେଣୀ ଯାହା ଭାରତୀୟ ଉପମହାଦେଶ ଓ ତିବ୍ବତୀୟ ମାଳଭୂମି ମଧ୍ୟରେ ଅବସ୍ଥିତ । ପୃଥିବୀର ଅନେକ ଉଚ୍ଚ ଗିରିଶୃଙ୍ଗ ଏହି ପର୍ବତମାଳାର ଅଂଶବିଶେଷ । ତନ୍ମଧ୍ୟରୁ ବିଶ୍ୱର ସର୍ବୋଚ୍ଚ ଗିରିଶୃଙ୍ଗ ଏଭେରେଷ୍ଟ୍ ଅନ୍ୟତମ । ହିମାଳୟ ପର୍ବତମାଳାରେ ୫୦ରୁ ଅଧିକ ପର୍ବତ ରହିଛି ଯାହାର ସମୁଦ୍ରପତନରୁ ଉଚ୍ଚତା ୭୨୦୦ ମିଟର୍ ବା ତତୋଧିକ । ୮୦୦୦ ମିଟର୍ରୁ ଉଚ୍ଚ ୧୪ଟି ଶୃଙ୍ଗ ମଧ୍ୟରୁ ୧୦ଟି ହିମାଳୟରେ ରହିଛି । ଏସିଆ ବାହାରେ ରହିଥିବା ସର୍ବୋଚ୍ଚ ଗିରିଶୃଙ୍ଗ ହେଉଛି ଆଣ୍ଡିଜ୍ ପର୍ବତମାଳାର ଆକାଙ୍କାଗୁଆ (୬୯୬୧ ମିଟର୍) ।ଭାରତୀୟ ପ୍ଲେଟ୍ ସଞ୍ଚାଳିତ ହୋଇ ୟୁରେସିଆ ପ୍ଲେଟ୍ ସହିତ ଧକ୍କା ହେବା ପରେ ଦୁଇଟି ପ୍ଲେଟ୍ ଯଥାକ୍ରମେ ନିମ୍ନ ଓ ଉର୍ଦ୍ଧ୍ୱଗାମୀ ହେଲେ ଓ ସେଥିରୁ ହିମାଳୟ ସୃଷ୍ଟି ହୋଇଥିଲା । ହିମାଳୟ ପର୍ବତମାଳା ପଶ୍ଚିମ-ଉତ୍ତରପଶ୍ଚିମ ଓ ପୂର୍ବ-ଦକ୍ଷିଣପୂର୍ବ ଦିଗରେ ୨୪୦୦ କିଲୋମିଟର୍ ବ୍ୟାପ୍ତ ଏକ ବିଶାଳ ତୋରଣ ପରି । ହିମାଳୟର ପଶ୍ଚିମସୀମା ହେଉଛି “ନଙ୍ଗା ପର୍ବତ”, ଯାହା ସିନ୍ଧୁ ନଦୀର ଉତ୍ତରତମ ବାଙ୍କର ଠିକ୍ ଦକ୍ଷିଣପଟକୁ ଅବସ୍ଥିତ । ହିମାଳୟର ପୂର୍ବ ସୀମା “ନାମ୍ଚା ବରୁଆ” ୟାର୍ଲୁଂ ତ୍ସାଂଗପୋ ନଦୀର (ନିଜର ଉପରମୁଣ୍ଡରେ ବ୍ରହ୍ମପୁତ୍ର ନଦୀ ଏହି ନାମରେ ଜଣାଶୁଣା) ବଡ଼ ବାଙ୍କର ଠିକ୍ ପଶ୍ଚିମ ପଟକୁ ରହିଛି । ହିମାଳୟର ଉତ୍ତର-ପୂର୍ବ ଦିଗକୁ କାରାକୋରମ୍ ଓ ହିନ୍ଦୁକୁଶ ପର୍ବତଶ୍ରେଣୀ ରହିଛନ୍ତି । ୫୦-୬୦ କିଲୋମିଟର୍ ପ୍ରସ୍ଥ ବିଶିଷ୍ଟ “ଇଣ୍ଡସ୍-ତ୍ସାଙ୍ଗପୋ ସୁଚ୍ୟର୍” ନାମକ ଟେକ୍ଟୋନିକ୍ ଉପତ୍ୟକା ହିମାଳୟର ଉତ୍ତରାଂଶକୁ ତିବ୍ବତୀୟ ମାଳଭୂମିଠାରୁ ବିଚ୍ଛିନ୍ନ କରୁଛି । ହିମାଳୟ ବଳୟର ଦକ୍ଷିଣ ପଟକୁ ଗାଙ୍ଗେୟ ସମତଳ ଭୂମି ଅବସ୍ଥିତ । ପଶ୍ଚିମ ପାକିସ୍ତାନରେ ହିମାଳୟ ପର୍ବତଶ୍ରେଣୀର ପ୍ରସ୍ଥ ୩୫୦ କି.ମି. ହୋଇଥିବା ବେଳେ ପୂର୍ବରେ (ଅରୁଣାଚଳ ପ୍ରଦେଶ) ଏହାର ପ୍ରସ୍ଥ ପ୍ରାୟ ୧୫୦ କି.ମି.
କାର୍ତ୍ତିକ ମାସର ଶେଷ ପାଞ୍ଚଦିନ (କାର୍ତ୍ତିକ ଶୁକ୍ଳ ଏକାଦଶୀ ଠାରୁ ପୂର୍ଣ୍ଣିମା ପର୍ଯ୍ୟନ୍ତ)କୁ ପବିତ୍ର ପଞ୍ଚକ ଭାବେ ପାଳନ କରାଯାଏ । ଏହା ମହା ପଞ୍ଚକ, ବକପଞ୍ଚକ ବା ଭୀଷ୍ମପଞ୍ଚକ ବି ବିଷ୍ଣୁ ପଞ୍ଚକ ଭାବେ ମଧ୍ୟ ଜଣାଶୁଣା । ଯେଉଁମାନେ କାର୍ତ୍ତିକ ମାସ ସାରା ହବିଷ୍ୟ କରିପାରନ୍ତି ନାହିଁ, ସେମାନେ ଏହି ପାଞ୍ଚଦିନ ହବିଷ୍ୟ ପାଳନ କରନ୍ତି । ଅନେକ ଅଁଳା ନବମୀ, ରାଧାପାଦ ଦର୍ଶନ ଦିବସ ଠାରୁ ସାତଦିନ ହବିଷ୍ୟ କରନ୍ତି । ଏହି ପାଞ୍ଚଦିନ ହିନ୍ଦୁମାନେ ଆମିଷ ପରିତ୍ୟାଗ କରି ଶୁଦ୍ଧ, ସାତ୍ତ୍ୱିକ ଖାଦ୍ୟ ଭୋଜନ କରନ୍ତି । ଏହିପଞ୍ଚକରେ ବକମାନେ ମଧ୍ୟ ଆମିଷ ଭୋଜନରୁ ନିବୃତ୍ତ ରୁହନ୍ତି ବୋଲି କଥିତ ଅଛି । ତେଣୁ ଏହାକୁ 'ବକ ପଞ୍ଚକ' କୁହାଯାଏ । ଶର ଶଯ୍ୟା ଉପରେ ଶାୟିତ ପିତାମହ ଭୀଷ୍ମ ରାଜଧର୍ମ, ମୋକ୍ଷଧର୍ମ, ଦାନଧର୍ମ ବର୍ଣ୍ଣନା କରିଥିଲେ, ଯାହାକୁ ପାଣ୍ଡବମାନଙ୍କ ସହିତ ଭଗବାନ ଶ୍ରୀକୃଷ୍ଣ ମଧ୍ୟ ଶୁଣିଥିଲେ । ଏଥିରେ ପ୍ରସନ୍ନ ହୋଇ ଶ୍ରୀବାସୁଦେବ କହିଲେ ଆପଣ ଧନ୍ୟ । ଧର୍ମର ଗୂଢ଼ ରହସ୍ୟ ବର୍ଣ୍ଣନା କରିଛନ୍ତି । କାର୍ତ୍ତିକ ଏକାଦଶୀ ଦିନ ତମେ ଜଳର ଇଚ୍ଛା କରିଛ । ଅର୍ଜୁନ ବାଣଦ୍ୱାରା ଗଙ୍ଗାଜଳ ପ୍ରସ୍ତୁତ କଲେ, ଯଦ୍ୱାରା ତମର ତନ, ମନ, ପ୍ରାଣ ସନ୍ତୁଷ୍ଟ ହେଲା । ଏଣୁ ଆଜିଠାରୁ ପୂର୍ଣ୍ଣିମା ପର୍ଯ୍ୟନ୍ତ ପାଞ୍ଚଦିନ ଯେଉଁମାନେ ତୁମକୁ ଜଳ ଅର୍ଘଦାନ କରିବେ- ସେମାନେ ମୋତେ ତୃପ୍ତକରିବେ । ଏହା ହେଉଛି ଭୀଷ୍ମପଞ୍ଚକ- ପ୍ରତିବର୍ଷ ପାଳିତ ହେବ । ସାଧାରଣତଃ ସନ୍ତାନପ୍ରାପ୍ତି ଉଦ୍ଦେଶ୍ୟରେ ଅନେକ ଏହି ଭୀଷ୍ମପଞ୍ଚକ ବ୍ରତ ପାଳନ କରନ୍ତି ।କାର୍ତ୍ତିକ ମାସର ଶେଷ ପାଞ୍ଚଦିନ ଅର୍ଥାତ୍ କାର୍ତ୍ତିକ ଶୁକ୍ଳ ଏକାଦଶୀ ଠାରୁ ପୂର୍ଣ୍ଣମୀ ପର୍ଯ୍ୟନ୍ତ ପରମ ପବିତ୍ର ଦିବସ I ଏହି ପଞ୍ଚକରେ ତେତିଶ କୋଟି ଦେବତା ମନୁଷ୍ୟମାନଙ୍କର ସନ୍ନିକଟ ହୋଇଯାନ୍ତି I ଏହି ସମୟରେ ଏକଲକ୍ଷ ତୁଳସୀପତ୍ର ଚଢାଇ ବିଷ୍ଣୁଙ୍କୁ ପୂଜାକଲେ, ସମସ୍ତ ଦେବତା ପ୍ରସନ୍ନହୋଇ ବର ପ୍ରଦାନକରନ୍ତି I “ ସର୍ବଦେବ ନମସ୍କାରଃ କେଶବଂ ପ୍ରତିଗଚ୍ଛତି I” ଭଗବାନ୍ ବିଷ୍ଣୁ ଇପ୍ସିତ ବର ପ୍ରଦାନକରନ୍ତି I ଗୋଟିଏ ଗୋଟିଏ ତୁଳସୀ ଦଳ ଗୋଟିଏ ଗୋଟିଏ ମୋତି ହୋଇଯାଏ I ପାଞ୍ଚଦିନ ଗୋବିନ୍ଦ ନାମ ସ୍ମରଣକଲେ ଅକ୍ଷୟପୁଣ୍ୟ ପ୍ରାପ୍ତିହୁଏ I “ଗୋବିନ୍ଦ ଗୋବିନ୍ଦ ହରେ ମୁରାରେ ଗୋବିନ୍ଦ ଗୋବିନ୍ଦ ମୁକୁନ୍ଦକୃଷ୍ଣ / ଗୋବିନ୍ଦ ଗୋବିନ୍ଦ ରଥାଙ୍ଗ ପାଣେ ଗୋବିନ୍ଦ ଦାମୋଦର ମାଧବେତି I” ଭାଗବତ ଏବଂ ଗୀତା ପାଠ କରିବା ବିଧେୟ I ଏହିସମୟରେ ପ୍ରତ୍ୟେହ ଗୀତାର ଗୋଟିଏ ଶ୍ଳୋକ ପାଠକରି ମଧ୍ୟ ମନୁଷ୍ୟ ଜୀବନ୍ମୁକ୍ତ ହୋଇଯିବ । ସ୍କନ୍ଦ ପୁରାଣ ମତେ: “ କାର୍ତ୍ତିକ ମାସି ବିପ୍ରେନ୍ଦ୍ର ଯସ୍ତୁଗୀତାଂ ପଠେନ୍ନରଃ ତସ୍ୟ ପୁଣ୍ୟଫଳଂ ବକ୍ତୁଂ ମମଶକ୍ତି ର୍ନ ବିଦୀତେ ଗୀତାୟାସ୍ତୁ ସମଂ ଶାସ୍ତ୍ରଂ ନ ଭୂତଂ ନ ଭବିଷ୍ୟତି ସର୍ବ ପାପହରା ନିତ୍ୟଂ ଗୀତୈକା ମୋକ୍ଷଦାୟିନୀ ଶ୍ରୀମଦ୍ ଭଗବତସ୍ୟାପି ଶ୍ରବଣଂ ଯଃ ସମାଚରେତ୍ ସର୍ବପାପ ବିନିର୍ମୁକ୍ତଃ ପରଂ ନିର୍ବାଣ ମୃଚ୍ଛତି I” ଏହିପାଞ୍ଚଦିନକୁ ଭୀଷ୍ମ ପଞ୍ଚକ କୁହାଯିବାର ପୌରାଣିକ ରହସ୍ୟ ହେଉଛି – ବାଣ ଶଯ୍ୟା ଉପରେ ଶାୟିତ ପିତାମହ ଭୀଷ୍ମ ରାଜଧର୍ମ, ମୋକ୍ଷଧର୍ମ, ଦାନଧର୍ମ ବର୍ଣ୍ଣନା କରିଥିଲେ, ଯାହାକୁ ପାଣ୍ଡବମାନଙ୍କ ସହିତ ଭଗବାନ ଶ୍ରୀକୃଷ୍ଣ ମଧ୍ୟ ଶୁଣିଥିଲେ I ଏଥିରେ ପ୍ରସନ୍ନ ହୋଇ ଶ୍ରୀବାସୁଦେବ କହିଲେ ଆପଣ ଧନ୍ୟ I ଧର୍ମର ଗୂଢ଼ ରହସ୍ୟ ବର୍ଣ୍ଣନା କରିଛନ୍ତି I କାର୍ତ୍ତିକ ଏକାଦଶୀଦିନ ତମେ ଜଳର ଯାଚନା କରିଛ I ଅର୍ଜୁନ ବାଣର ବେଗରେ ଗଙ୍ଗାଜଳ ପ୍ରସ୍ତୁତ କଲେ, ଯଦ୍ୱାରା ତମର ତନ, ମନ, ପ୍ରାଣ ସନ୍ତୁଷ୍ଟ କଲା । ଏଣୁ ଆଜିଠାରୁ ପୂର୍ଣ୍ଣିମା ପର୍ଯ୍ୟନ୍ତ ପାଞ୍ଚଦିନ ଯେଉଁମାନେ ତୁମକୁ ଜଳ ଅର୍ଘଦାନ କରିବେ – ସେମାନେ ମୋତେ ତୃପ୍ତ କରିବେ I ଏହା ହେଉଛି ଭୀଷ୍ମପଞ୍ଚକ – ପ୍ରତିବର୍ଷ ପାଳିତ ହେବ I ବ୍ରତଧାରୀ ସବ୍ୟ ହୋଇ ମହାତ୍ମା ଭୀଷ୍ମଙ୍କ ପାଇଁ ତର୍ପଣ କରିବେ I ଏହିଭୀଷ୍ମ ତର୍ପଣ ସମସ୍ତ ବର୍ଣ୍ଣର ଲୋକେ କରିପାରିବେ I ମନ୍ତ୍ର ହେଉଛି- “ ସତ୍ୟବ୍ରତାୟ ଶୁଚିୟେ ଗାଙ୍ଗେୟାୟ ମହାତ୍ମନେ ଭୀଷ୍ମାୟୈତଦ୍ ଦଦାମ୍ୟର୍ଘ୍ୟ ମାଜନ୍ମ ବ୍ରହ୍ମଚାରିଣେ I” ଆଜନ୍ମ ବ୍ରାହ୍ମଚର୍ଯ୍ୟ ପାଳନକର୍ତ୍ତା ପରମ ପବିତ୍ର ସତ୍ୟବ୍ରତ ପରାୟଣ ଗଙ୍ଗାନନ୍ଦନ ଭୀଷ୍ମଙ୍କୁ ମୁଁ ଏହି ଅର୍ଘ୍ୟ ପ୍ରଦାନ କରୁଛି । ସନ୍ତାନ ପ୍ରାପ୍ତି ଉଦ୍ଦେଶ୍ୟରେ ଅନେକ ଏହି ଭୀଷ୍ମପଞ୍ଚକ ବ୍ରତ ପାଳନ କରନ୍ତି । ସନ୍ତାନହୀନ ବ୍ୟକ୍ତିଙ୍କ ପାଇଁ ଭୀଷ୍ମପଞ୍ଚକ ପାଳନୀୟ- ଏକଥା ପଞ୍ଚକରେ ଅର୍ଘ୍ୟଦାନ ମନ୍ତ୍ରରୁ ସୁସ୍ପଷ୍ଟ ହୋଇଥାଏ I ଅର୍ଘ୍ୟଦାନ ମନ୍ତ୍ର ହେଉଛି- “ବୈୟାଘ୍ୟପଦ ରୋତ୍ରାୟ ସାଙ୍କୃତ ପ୍ରବରାୟ ଚ ଅପୁତ୍ରାୟ ଦଦାମ୍ୟେତ ଦୁଦକଂ ଭୀଷ୍ମ ବର୍ମଣେ ବତ୍ସନାମବତାରାୟ ଶନ୍ତନୋ ରାତ୍ମଜାୟ ଚ ଅର୍ଘ୍ୟଂ ଦଦାମି ଭୀଷ୍ମାୟ ଆଜନ୍ମ ବ୍ରହ୍ମଚାରିଣେ I” ଯାହାଙ୍କର ବ୍ୟାଘ୍ରପଦ ଗୋତ୍ର ଏବଂ ସାଂକୃତ ପ୍ରବର, ସେହିପୁତ୍ର ରହିତ ଭୀଷ୍ମବର୍ମାଙ୍କୁ ମୁଁ ଏହିଜଳ ଦେଉଛି I ବସୁମାନଙ୍କ ଅବତାର, ଶାନ୍ତନୁଙ୍କ ପୁତ୍ର, ଆଜନ୍ମ ବ୍ରହ୍ମଚାରୀ ଭୀଷ୍ମଙ୍କୁ ମୁଁ ଅର୍ଘ୍ୟ ଦେଉଛି I ପଞ୍ଚଗବ୍ୟ, ସୁଗନ୍ଧଚନ୍ଦନ, କୁଙ୍କୁମଦ୍ୱାରା ଭକ୍ତିପୂର୍ବକ ଶ୍ରୀହରିଙ୍କ ପୂଜନ କରିବ I ଅଷ୍ଟାକ୍ଷର ମନ୍ତ୍ର “ଓଁ ନମୋ ବାସୁଦେବାୟ ” ବା ଷଡାକ୍ଷର ମନ୍ତ୍ର “ ଓଁ ରାମାୟନମଃ, ” ଶହେ ଆଠବାର ଜପ କରିବ I ବ୍ରତକାଳରେ ବ୍ରାହ୍ମଚର୍ଯ୍ୟ ପାଳନ କରିବ I କାର୍ତ୍ତିକ ପୌଷମାସୀରେ ବ୍ରାହ୍ମଣଙ୍କୁ ନ୍ୟୁନ ପକ୍ଷେ ପାଞ୍ଚ ଜଣ ବ୍ରାହ୍ମଣଙ୍କୁ ଭୋଜନ ଦେଇ ବ୍ରତ ଉଦ୍ ଯାପନ କରିବ । ଏହି ପଞ୍ଚକରେ ପାଞ୍ଚଦିନ ଯାକ ତାତ୍ପର୍ଯ୍ୟପୂର୍ଣ୍ଣ । ପଞ୍ଚକର ପ୍ରଥମଦିନ ହେଉଛି ବଡ ଏକାଦଶୀ I ଆଷାଢ ଶୁକ୍ଳପକ୍ଷ, ଏକାଦଶୀ ତିଥିରେ ଭଗବାନବିଷ୍ଣୁ ଶଙ୍ଖାସୁରକୁ ବଧ କରିଥିଲେ I ଅତଃ ସେହିଦିନ ଠାରୁ ଚାରିମାସ କାଳ ଭଗବାନ କ୍ଷୀରସାଗରରେ ବିଶ୍ରାମ କରନ୍ତି I ଚାର୍ତୁମ୍ୟାସ୍ୟା ପରେ କାର୍ତ୍ତିକ ଶୁକ୍ଳ ଏକାଦଶୀରେ ଜାଗ୍ରତ ହୁଅନ୍ତି I ଏହିକାରଣରୁ ବୈଷ୍ଣବମାନେ “ଉତ୍ତିଷ୍ଠୋତ୍ତିଷ୍ଠ ଗୋବିନ୍ଦ ଉତ୍ତିଷ୍ଠ ଗରୁଡଧ୍ୱଜ ଉତ୍ତିଷ୍ଠ କମଳାକାନ୍ତ ତୈଲୋକ୍ୟ ମଙ୍ଗଳଂ କୁରୁ” ମନ୍ତ୍ରୋଚାରଣ କରି ବିଷ୍ଣୁ ଭଗବାନଙ୍କୁ ଜାଗ୍ରତ କରାନ୍ତି I ହେ ଗୋବିନ୍ଦ ! ଉଠନ୍ତୁ, ଉଠନ୍ତୁ, ହେ ଗରୁଡଧ୍ୱଜ ! ଉଠନ୍ତୁ I ହେ କମଳାକାନ୍ତ !
ଚନ୍ଦ୍ରଯାନ-୨ ଭାରତର ଦ୍ୱିତୀୟ ଚନ୍ଦ୍ର ଅଭିଯାନ ଥିଲା । ଚନ୍ଦ୍ରଯାନ-୧ର ସଫଳତା ପରେ ଭାରତୀୟ ଅନ୍ତରୀକ୍ଷ ଅନୁସନ୍ଧାନ ସଂଗଠନ ବା ଇସ୍ରୋଦ୍ୱାରା ଏହି ମିଶନର ପରିକଳ୍ପନା କରାଯାଇଥିଲା । ଚନ୍ଦ୍ରଯାନ-୨ ଅଭିଯାନରେ ଇସ୍ରୋକୁ ୯୫ ପ୍ରତିଶତ ସଫଳତା ମିଳିଥିଲା ।ଏହାର ପୂର୍ବବର୍ତ୍ତୀ ଅଭିଯାନ ଚନ୍ଦ୍ରଯାନ-୧ ପରି ଚନ୍ଦ୍ରଯାନ-୨ ସାଇଣ୍ଟିଫିକ୍ ପେଲୋଡ୍ ସହିତ ଏକ ମୁନ୍-ଅର୍ବିଟର ଚନ୍ଦ୍ର ଚାରିପଟେ ପ୍ରଦିକ୍ଷଣ କରିଥିଲା । ଯୋଜନା ମୁତାବକ ଚନ୍ଦ୍ରଯାନ-୨ ଚନ୍ଦ୍ରର କକ୍ଷ ପଥରେ ପହଞ୍ଚିବା ପରେ, ପ୍ରଜ୍ଞାନ ରୋଭରକୁ ନେଇ ବିକ୍ରମ ଲ୍ୟାଣ୍ଡର ଚନ୍ଦ୍ର ପୃଷ୍ଠରେ ଏକ ଅପେକ୍ଷାକୃତ ଉଚ୍ଚ ମଇଦାନରେ ଅବତରଣ କରିବାକୁ ଚେଷ୍ଟା କରିଥିଲା । ଚନ୍ଦ୍ର ଭୂମିପୃଷ୍ଠକୁ ଅବତରଣ କରିବାବେଳେ ବିକ୍ରମ ଲ୍ୟାଣ୍ଡରଟି ନିର୍ଦ୍ଧାରିତ କକ୍ଷପଥରୁ ବିଚ୍ୟୁତ ହୋଇଥିଲା ଏବଂ ଚନ୍ଦ୍ରପୃଷ୍ଠରୁ ୨.୧ କିଲୋମିଟର ଉଚ୍ଚତାରେ ଥିବା ସମୟରେ ଇସ୍ରୋ ସହ ସମସ୍ତ ଯୋଗାଯୋଗ ବିଛିନ୍ନ ହୋଇଯାଇଥିଲା। ଅର୍ବିଟର ଜରିଆରେ ପ୍ରାପ୍ତ ଥର୍ମାଲ୍ ଅପଟିକାଲ ଚିତ୍ରକୁ ଅନୁଧ୍ୟାନ କରି ବିକ୍ରମ ଲ୍ୟାଣ୍ଡର ହାର୍ଡ ଲ୍ୟାଣ୍ଡିଙ୍ଗ୍ କରିଛି ବୋଲି ବୋଲି ଇସ୍ରୋ ମୂଖ୍ୟ କେ.
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
କୁକୁଡ଼ା ପାଳନ କହିଲେ Poultry ( /ˈpoʊltri/) କହିଲେ ସାଧାରଣତଃ ମାଂସ, ଅଣ୍ଡା ଓ ପର ନିମନ୍ତେ ମାନବ ପାଳୁଥିବା କୁକୁଡ଼ା ପକ୍ଷୀଙ୍କୁ ବୁଝାଏ (domesticated bird) । ଏହି ପକ୍ଷୀ ଅର୍ଡ଼ର ଗାଲିଫର୍ମିସ (Galliformes) ଅନ୍ତର୍ଭୁକ୍ତ ଯେଉଁଥିରେ କୁକୁଡ଼ା ସହିତ କ୍ୱେଲ (quail) ଓ ଗୃହପାଳିତ ଟର୍କିମାନଙ୍କର (turkeys) ନାମ ରଖାଯାଏ ଓ ଏମାନେ ସୁପରଅର୍ଡ଼ର ଫାଉଲ (superorder Galloanserae (fowl)) ମଧ୍ୟରେ ଗଣାଯାଆନ୍ତି । ଏହି ପାଳନ କେବଳ କୁକୁଡ଼ାରେ ସୀମିତ ନୁହେଁ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ପ୍ରଯୁକ୍ତି ବିଦ୍ୟା ବା ଟେକ୍ନୋଲୋଜି ଶବ୍ଦଟି ପ୍ରାଚୀନ ଗ୍ରୀକ ଶବ୍ଦାଦ୍ୱୟ τέχνη, techne, "କଳା, କୌଶଳ, ହାତର ଚମତ୍କାରିତା"; ଏବଂ -λογία, -logia "ଅଧ୍ୟୟନ"ରୁ ଅସିଛି । ଏହା ବ୍ୟବହାରିକ ବିଜ୍ଞାନକୁ ସୁଚାଇଥାଏ । କୌଣସି ସମସ୍ୟାର ସମାଧାନ, ପୂର୍ବରୁ ପ୍ରଚଳିତ ସମାଧାନର ଉନ୍ନତି କିମ୍ବା ଜୀବନ ଧାରଣ ମାନରେ ଉନ୍ନତି ପାଇଁ କୌଣସି ଏକ ଯନ୍ତ୍ର, ଉପକରଣ, କଳା କିମ୍ବା କୌଶଳର ଗଠନ, ପରିବର୍ତ୍ତନ, ବ୍ୟବହାର ଓ ଜ୍ଞନ ଆହରଣକୁ ଆମେ ପ୍ରଯୁକ୍ତି ବିଦ୍ୟା କହିଥାଉ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ସୁରମା ପାଢ଼ୀ (ଜନ୍ମ: ୨୯ ଡିସେମ୍ବର ୧୯୬୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟି ରାଜନୈତିକ ଦଳ ସହ ସଂପୃକ୍ତ ଅଛନ୍ତି । ସୁରମା ଓଡ଼ିଶା ବିଧାନ ସଭାକୁ ଜଣେ ବିଧାୟିକା ଭାବରେ ନିର୍ବାଚିତ ହୋଇଥିଲେ । ୨୦୦୪ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଯୀଶୁ ଖ୍ରୀଷ୍ଟଙ୍କ ଜନ୍ମଦିନ ରୂପେ ବଡ଼ଦିନକୁ (ଈଂରାଜୀରେ Christmas, ଉଚ୍ଚାରଣ – କ୍ରିସ୍ମସ୍) ଖ୍ରୀଷ୍ଟ ଧର୍ମାବଲମ୍ବୀମାନେ ବଡ଼ ଧୁମ୍ଧାମ୍ର ସହିତ ପ୍ରତିବର୍ଷ ଡିସେମ୍ବର ୨୫ ତାରିଖ ଦିନ ପାଳନ କରିଥାନ୍ତି । ଖ୍ରୀଷ୍ଟୀୟ ପାଞ୍ଜି ବା ଗୀର୍ଜାର କ୍ୟାଲେଣ୍ଡର୍ ଅନୁସାରେ ଖ୍ରୀଷ୍ଟ ଜନ୍ମର କିଛି ଦିନ ପୂର୍ବରୁ ଉପବାସ ଓ ନିଷ୍ଠା ପୂର୍ବକ ପୂଜାପାଠ ଆରମ୍ଭ ହୋଇ ବଡ଼ଦିନ ଉତ୍ସବର ଆରମ୍ଭ ହୋଇଥାଏ ଏବଂ ତାହା ଦ୍ୱାଦଶ ଦିନରେ ସରି ଏକ ଉତ୍ସବ ପରି ପାଳିତ ହୁଏ । କିଛି ଦେଶର ସ୍ଥାନୀୟ ସଂସ୍କୃତି ଅନୁସାରେ ଏହି ଉତ୍ସବ ଆଠ ଦିନ ଧରି ମଧ୍ୟ ପାଳିତ ହୁଏ । ଖ୍ରୀଷ୍ଟ ଧର୍ମାବଲମ୍ବୀ ବା ଅନେକ ଦେଶରେ ଅଣ-ଖ୍ରୀଷ୍ଟୀୟ ଜନସମୂହଙ୍କର ମୁଖ୍ୟ ପର୍ବ ହୋଇଥିବାରୁ ଭାରତ ସମେତ ଅନେକ ଦେଶରେ ବଡ଼ଦିନକୁ ଏକ ସରକାରୀ ଛୁଟିଦିନ ରୂପେ ଘୋଷିତ କରାଯାଇଛି ।ବାଇବେଲ୍ର “ନ୍ୟୁ ଟେଷ୍ଟାମେଣ୍ଟ୍” (ନୂତନ ନିୟମାବଳୀ) ଅନୁସାରେ ବେଥ୍ଲେହେମ୍ଠାରେ ଯୀଶୁଙ୍କ ଜନ୍ମ ଗ୍ରହଣର ବୃତ୍ତାନ୍ତ ବଡ଼ଦିନ ଉତ୍ସବର ପାରମ୍ପରିକ ମୂଳଦୁଆ । ସନ୍ଥ ଜୋସେଫ୍ ଓ ମାତା ମେରି (ମରିୟମ୍) ବେଥ୍ଲେହେମ୍ ସହରରେ ପହଞ୍ଚି ଜାଣିବାକୁ ପାଇଥିଲେ ଯେ ସେମାନଙ୍କ ରହିବା ପାଇଁ କୌଣସି ପାନ୍ଥନିବାସ ନାହିଁ । ତେଣୁ ଏକ ମେଣ୍ଢାଶାଳରେ ମାତା ମେରିଙ୍କୁ ରହିବାକୁ ପଡ଼ିଥିଲା ଓ ସେଠାରେ ସେ ଯୀଶୁଙ୍କୁ ଜନ୍ମଦାନ କରିଥିଲେ । ଦେବଦୂତ (angels) ଓ ମେଷପାଳକମାନେ ମିଶି ଏହି ଶୁଭ ମୁହୂର୍ତ୍ତ ବିଷୟରେ ସଭିଙ୍କୁ ଜଣାଇଲେ ଓ ଯୀଶୁ ଜନ୍ମ ନେବା କଥା ପ୍ରଚାରିତ ହୋଇଗଲା ।ଯୀଶୁଙ୍କ ପ୍ରକୃତ ଜନ୍ମ ତାରିଖ ଓ ମାସ ସମସ୍ତଙ୍କୁ ଅଜ୍ଞାତ, କିନ୍ତୁ ଚତୁର୍ଥ ଶତାବ୍ଦୀର ପ୍ରଥମାର୍ଦ୍ଧରେ “ୱେଷ୍ଟର୍ଣ୍ଣ୍ ଖ୍ରୀଷ୍ଟିୟାନ୍ ଚର୍ଚ୍ଚ୍” (ପାଶ୍ଚାତ୍ୟ ଦେଶମାନଙ୍କ ପ୍ରମୁଖ ଗୀର୍ଜାଘରମାନେ) ଡିସେମ୍ବର ୨୫ ତାରିଖକୁ ଖ୍ରୀଷ୍ଟଙ୍କ ଜନ୍ମ ବୋଲି ଅଭିହିତ କଲେ ଓ ପ୍ରାଚ୍ୟ ଦେଶମାନଙ୍କରେ ମଧ୍ୟ ଏହି ପ୍ରଥା ପ୍ରଚଳିତ ହେଲା । ବର୍ତ୍ତମାନ ସମୟରେ ଗ୍ରେଗୋରିଆନ୍ ପାଞ୍ଜି ବା କ୍ୟାଲେଣ୍ଡର୍ ଓ ଅଧିକାଂଶ ଦେଶର ସରକାରୀ କ୍ୟାଲେଣ୍ଡର୍ ଡିସେମ୍ବର ୨୫କୁ ବଡ଼ଦିନ ବୋଲି ଘୋଷଣା କରିଛନ୍ତି । କେତେକ ପ୍ରାଚ୍ୟ ଦେଶରେ ଅନୁସୃତ ଜୁଲିଆନ୍ ପାଞ୍ଜି ବା କ୍ୟାଲେଣ୍ଡର୍ର ଡିସେମ୍ବର ୨୫ ତାରିଖ (ଯାହା ଗ୍ରେଗୋରିଆନ୍ ପାଞ୍ଜି ଅନୁସାରେ ଜାନୁଆରୀ ୭ ତାରିଖ) ଦିନ ବଡ଼ଦିନ ପାଳିତ ହୋଇଥାଏ । ଜୁଲିଆନ୍ ପାଞ୍ଜିର ବଡ଼ଦିନ ଗ୍ରେଗୋରିଆନ୍ ପାଞ୍ଜିର ଏପିଫ୍ୟାନି ବା ପ୍ରଭୁପ୍ରକାଶ ପର୍ବ (ଜାନୁଆରୀ ୬ ତାରିଖ)ର ପରବର୍ତ୍ତୀ ଦିନ ପଡ଼ିଥାଏ । ଖ୍ରୀଷ୍ଟ ଧର୍ମାବଲମ୍ବୀ ଏହାକୁ ଏକ ବିବାଦ ନୁହେଁ ବରଂ ପାଞ୍ଜି ଅନୁସରଣ କରିବାର ଏକ ଭିନ୍ନ ଦିଗ ଭାବେ ପରିଗଣିତ କରିଥାନ୍ତି । ଅନ୍ୟ ଏକ ଦୃଷ୍ଟିଭଙ୍ଗୀ ଅନୁସାରେ ଜଗତର ପାପମୋଚନ କରିବା ପାଇଁ ଭଗବାନ ଯୀଶୁ ଅବତାର ରୂପେ ପୃଥିବୀପୃଷ୍ଠରେ ଅବତରଣ କରିଥିବାର ବେଳା ବା ଘଟଣାକୁ ପାଳନ କରାଯିବା ଏହି ଉତ୍ସବର ମୂଳ ଲକ୍ଷ୍ୟ ଏବଂ ନିର୍ଦ୍ଦିଷ୍ଟ କେଉଁ ଦିନ ଏହି ସବୁ ଘଟଣା ଘଟିଥିଲା ତାହା ନିମିତ୍ତ ମାତ୍ର ।ବଡ଼ଦିନ ପାଳନର ପରମ୍ପରାରେ ଖ୍ରୀଷ୍ଟୀୟ ଧାର୍ମିକ ପ୍ରଥା, ଖ୍ରୀଷ୍ଟପୂର୍ବ ସମୟର କିଛି ଧାର୍ମିକ ପ୍ରଥା ଓ ଅନ୍ୟ କେତେକ ଉଦାରପନ୍ଥୀ ଧାର୍ମିକ ପ୍ରଥା ସମ୍ମିଶ୍ରିତ ହୋଇ ରହିଛି । ଆଧୁନିକ ଯୁଗରେ ବଡ଼ଦିନ ପାଳନ ସମୟରେ ଉପହାର ଦେଣନେଣ, ଆଗମନ କ୍ୟାଲେଣ୍ଡର୍ର (Advent calendar) ଦିନ ଗଣିବା, ବଡ଼ଦିନର ସଙ୍ଗୀତ ଓ ପ୍ରାର୍ଥନା, ବଡ଼ଦିନ ଗଛ, ଘରକୁ ଆଲୋକମାଳାରେ ସଜ୍ଜିତ କରିବା, ଗୀର୍ଜା ଘର ତରଫରୁ ସମାଜର ଉନ୍ନତିମୂଳକ କାର୍ଯ୍ୟରେ ଯୋଗଦାନ ଦେବା, ବଡ଼ଦିନ କାର୍ଡ୍ ଦେବାନେବା, କଣ୍ଢେଇ ମାଧ୍ୟମରେ ଯୀଶୁଙ୍କ ଜନ୍ମବୃତ୍ତାନ୍ତ ଦର୍ଶାଇବା ପରି ବିଭିନ୍ନ ପ୍ରଥା ପ୍ରଚଳିତ ହୁଏ । ବଡ଼ଦିନ ସମ୍ପର୍କିତ କିଛି ସ୍ଥାନୀୟ ଲୋକକଥା ଓ ପରମ୍ପରା ମଧ୍ୟ ରହିଛି । ସନ୍ଥ ନିକୋଲାସ୍ ବା "ସାଣ୍ଟା କ୍ଲସ୍" (ଈଂରାଜୀରେ Santa Claus) ଛୋଟ ପିଲାଙ୍କ ପାଇଁ ଉପହାର ଆଣିଦେବା ସେମାନଙ୍କୁ ଉତ୍ସାହିତ ଓ ଆନନ୍ଦିତ କରିଥାଏ । ଉପହାର ଓ ଅନ୍ୟାନ୍ୟ ସାମଗ୍ରୀ କିଣାବିକା ଯୋଗୁଁ ବଡ଼ଦିନ ସମୟଟି ବ୍ୟାପାର ପାଇଁ ଉତ୍କୃଷ୍ଟ ସମୟ ଓ ଗତ କିଛି ଶତାବ୍ଦୀରେ ବିଶ୍ୱର ବିଭିନ୍ନ ସ୍ଥାନରେ ବଡ଼ଦିନ ସମୟରେ ଏହି ବ୍ୟାପାର କ୍ରମଶଃ ବୃଦ୍ଧି ପାଇବାରେ ଲାଗିଛି ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଉଦୟଗିରି ଓ ଖଣ୍ଡଗିରି ଗୁମ୍ଫା ଅଧା ପ୍ରକୃତିକ ଓ ଅଧା ମଣିଷଦ୍ୱାରା ତିଆରି ଯାହାର ଐତିହାସିକ, ପୁରାତନ ତତ୍ତ୍ୱ ଓ ଧାର୍ମିକ ଗୁରୁତ୍ତ୍ୱ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱରଠାରେ ଅବସ୍ଥିତ । ଗୁମ୍ଫାଗୁଡିକ ଦୁଇଟି ପାହାଡ଼ ଉଦୟଗିରି ଓ ଖଣ୍ଡଗିରିରେ ରହିଛି ଯାହା ହାତୀଗୁମ୍ଫାର ଶିଳାଲେଖରେ କୁମାରୀ ପର୍ବତ ନାମରେ ମଧ୍ୟ ଜଣା ଓ ଏହି ଦୁଇ ପାହାଡ଼ ଉଭୟଙ୍କ ଆଡକୁ ମୁଁହାଇ ରାସ୍ତାର ଦୁଇ ପାଖରେ ଅଛନ୍ତି ।ଖଣ୍ଡଗିରିରେ ୧୫ଟି ଗୁମ୍ଫା ଥିବାବେଳେ ଉଦୟଗିରିରେ ୧୮ଟି ଗୁମ୍ଫା ରହିଛି । ହାତୀ ଗୁମ୍ଫା ନିକଟରେ ବାରଭୁଜା ଦେବୀଙ୍କର ଏକ ମନ୍ଦିର ଅଛି।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ .
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ପ୍ରମିଳା ମଲ୍ଲିକ (ଜନ୍ମ: ୪ ମାର୍ଚ୍ଚ ୧୯୬୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ୧୯୯୦ ମସିହାରେ ସେ ଓଡ଼ିଶା ବିଧାନ ସଭାର ୧୦ମ ସଭାକୁ ଜନତା ଦଳର ପ୍ରତିନିଧି ଭାବରେ ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ପ୍ରଥମ ଥର ପାଇଁ ନିର୍ବାଚିତ ହୋଇଥିଲେ । ପରବର୍ତ୍ତୀ ସମୟରେ ସେ ପୁଣିଥରେ ୨୦୦୦ ମସିହା ଓଡ଼ିଶା ସାଧାରଣ ନିର୍ବାଚନରେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ସେହି ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ଏହାପରେ ସେ ଲଗାତାର ୨୦୦୪ ମସିହାରେ ୧୩ଶ, ୨୦୦୯ ମସିହାରେ ୧୪ଶ ଏବଂ ୨୦୧୪ ମିସିହାରେ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ପ୍ରମିଳା ପ୍ରଥମଥର ପାଇଁ ୨୦୦୪ ମସିହାରେ ୧୩ଶ ଓଡ଼ିଶା ବିଧାନ ସଭାର ମନ୍ତ୍ରୀମଣ୍ଡଳରେ ମନ୍ତ୍ରୀ ହୋଇଥିଲେ । ସେ ମହିଳା ଓ ଶିଶୁ ବିକାଶ ବିଭାଗର ମନ୍ତ୍ରୀ ଥିଲେ ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣାଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URIଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URLଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଚନ୍ଦ୍ରଗୁପ୍ତ ଓ ବିନ୍ଦୁସାରଙ୍କ ରାଜତ୍ୱ କାଳରେ କଳିଙ୍ଗ ଏକ ଶକ୍ତିଶାଳୀ ଓ ସ୍ୱାଧୀନ ରାଷ୍ଟ୍ର ଥିଲା । କିନ୍ତୁ ଅଶୋକ ରାଜ୍ୟାଭିଷେକର ଅଷ୍ଟମବର୍ଷରେ ଅର୍ଥାତ ଖ୍ରୀ.ପୂ:୨୬୧ରେ କଳିଙ୍ଗ ଆକ୍ରମଣ କରି ଜୟଲାଭ କରିଥିଲେ । ତାଙ୍କର ତ୍ରୟୋଦଶ ଶିଳାନୁଶାସନରେ କଳିଙ୍ଗ ଯୁଦ୍ଧର ରୋମାଞ୍ଚକର ବିଭୀଷିକା ବର୍ଣ୍ଣିତ ହୋଇଛି । ଏହି ଯୁଦ୍ଧରେ ଏକଲକ୍ଷ ଲୋକ ନୀହତ ହୋଇଥିଲେ । ଦେଢ଼ଲକ୍ଷ ଲୋକ ବନ୍ଦୀହୋଇ ଦେଶାନ୍ତରକୁ ପ୍ରେରିତ ହୋଇଥିଲେ ଏବଂ ପ୍ରାୟ ସେହି ସଂଖ୍ୟକ ବ୍ୟକ୍ତି ଯୁଦ୍ଧ ପର ଅବସ୍ଥାରେ ଆହାତ , ରୋଗାକ୍ରାନ୍ତ କିମ୍ବା ବୁଭୁକ୍ଷୁ ହୋଇ ମୃତ୍ୟୁମୂଖରେ ପଡ଼ିଥିଲେ । କଳିଙ୍ଗ ଯୁଦ୍ଧ ବୌଦ୍ଧ ଧର୍ମ ତଥା ପୃଥିବୀର ଇତିହାସରେ ଏକ ଯୁଗାନ୍ତକାରୀ ଘଟଣା । ଏହି ଯୁଦ୍ଧର ଦାରୁଣ ପରିଣତି ଅଶୋକଙ୍କ ମନରେ ଗଭୀର ଦୁଃଖ ଓ ଅନୁତାପ ଜାତ କରିଥିଲା । ହିଂସା ପ୍ରଣୋଦିତ ତରବାରିର ଜୟ ଜୟ ନୁହେଁ, ମାନବ-ହୃଦୟକୁ ଜୟ କରିବା ହିଁ ପ୍ରକୃତ ଜୟ ବୋଲି ଅନୁଭବ କରି ଅଶୋକ ଅସ୍ତ୍ର ପରିତ୍ୟାଗ କଲେ । ଉପଗୁପ୍ତ ନାମକ ଜଣେ ବୌଦ୍ଧ ସନ୍ନ୍ୟାସୀଙ୍କ ସଂସ୍ପର୍ଶରେ ଆସି ଅଶୋକ ବୌଦ୍ଧ ଧର୍ମ ଗ୍ରହଣ କରିଥିଲେ । ଏହା ପରେ ସତ୍ୟ ଓ ଅହିଂସା ବଳରେ ସେ ମାନବ ହୃଦୟକୁ ଜୟ କରିବା ପାଇଁ ଆତ୍ମ ନିୟୋଗ କଲେ । ସେ ନିଜ ବିଜୟ ପରେ ସୁନ୍ଦର ଭାବେ ଗଢି ତୋଳିଲେ ଓ ନିଜ ସାମ୍ରାଜ୍ୟରେ ମିଶେଇ ଥିଲେ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବି ମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି lଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ୱବିଦ୍ୟାଳୟରୁ ଏଲ.ଏଲ.ଏମ.
କମଳା ଦାସ (ଜନ୍ମ: ୧୬ ଅଗଷ୍ଟ ୧୯୪୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଜନତା ଦଳର ଜଣେ କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ, ମାତ୍ର ପରବର୍ତ୍ତୀ ସମୟରେ ବିଜୁ ଜନତା ଦଳର ଗଠନ ପରେ ସେ ବିଜେଡ଼ିରେ ଯୋଗ ଦେଇଥିଲେ ଏବଂ ପରେ ବିଜେଡ଼ି ଛାଡ଼ି ଭାରତୀୟ ଜାତୀୟ କଂଗ୍ରେସରେ ଯୋଗ ଦେଇଥିଲେ ଓ ୨୦୧୪ ମସିହାରେ ପୁଣି କଂଗ୍ରେସ ଛାଡ଼ି ବିଜେଡ଼ିରେ ଯୋଗ ଦେଇଥିଲେ । କମଳା ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟିକା ଭାବରେ କାର୍ଯ୍ୟ କରିବା ସହ ଜଣେ ମନ୍ତ୍ରୀ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ ।କମଳା ୧୯୯୦ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଜନତା ଦଳର ପ୍ରତିନିଧି ଭାବରେ ନିର୍ବାଚନରେ ବିଜୟୀ ହୋଇ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହାପରେ ସେ ୧୯୯୫ ଓଡ଼ିଶା ବିଧାନ ସଭା ନିର୍ବାଚନରେ ପୁଣିଥରେ ଜନତା ଦଳର ପ୍ରତିନିଧି ଭାବରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ବିଜୟୀ ହୋଇ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ପରେ ସେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ୨୦୦୦ ମସିହାରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀ ଆସନରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।କମଳା ୧୦ମ ଓଡ଼ିଶା ବିଧାନ ସଭାରେ ବିଜୁ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ୧୯୯୦ରୁ ୧୯୯୫ ଯାଏଁ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ଏବଂ ପୁଣିଥରେ ୧୨ଶ ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ଜଣେ ମନ୍ତ୍ରୀ ଭାବରେ ୨୦୦୦ ମସିହାରୁ ୨୦୦୧ ମସିହାଯାଏଁ କାର୍ଯ୍ୟ କରିଥିଲେ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଅନୁଭବ ମହାନ୍ତି (ଜନ୍ମ: ୨୪ ଦିସେମ୍ବର ୧୯୮୧) ଓଡ଼ିଶାରେ ରହୁଥିବା ଓଡ଼ିଆ କଥାଚିତ୍ର ଜଗତର ଜଣେ ଅଭିନେତା, ଲୋକ ସଭା ସଭ୍ୟ ତଥା ପୁର୍ବତନ ରାଜ୍ୟ ସଭା ସଭ୍ୟ । ସେ ୨୦୦୪ ମସିହାରେ ଆଇ ଲଭ ୟୁ ଚଳଚ୍ଚିତ୍ରରୁ ଅଭିନେତା ଜିବନ ଅରମ୍ଭ କରିଥିଲେ । ସେ ସାଥି ଅମର୍ କଥାଚିତ୍ର ମଧ୍ୟମରେ ବଙ୍ଗାଳି ଚଳଚ୍ଚିତ୍ରରେ ଅଭିନେତା ଜିବନ ଆରମ୍ଭ କରିଥିଲେ । ୨୦୧୯ ଭାରତୀୟ ସାଧାରଣ ନିର୍ବାଚନରେ ସେ କେନ୍ଦ୍ରାପଡ଼ା ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ନିକଟତମ ପ୍ରତିଦ୍ୱନ୍ଦୀ ବୈଜୟନ୍ତ ପଣ୍ଡାଙ୍କୁ ହରାଇ ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିଲେ ।
କାଉଁରିଆ ବା ପିମ୍ପେଇ ହେଉଛି ମାଲଭାସି ପରିବାର ଅନ୍ତର୍ଗତ ଏକ ସପୁଷ୍ପକ, ଦ୍ୱିବୀଜପତ୍ରୀ, ଗୁଳ୍ମ ଜାତୀୟ ଉଦ୍ଭିଦ। ଏହା ଦକ୍ଷିଣ ଏସିଆରେ ପ୍ରଥମେ ଚିହ୍ନଟ କରାଯାଇଥିଲା ବୋଲି କୁହାଯାଉଥିଲେ ହେଁ ଏହାର ପ୍ରକୃତ ଉତ୍ପତ୍ତିସ୍ଥଳ ଏ ଯାଏଁ ଜଣା ପଡ଼ିନାହିଁ । ଓଡ଼ିଆ ଓ ସଂସ୍କୃତ ଭାଷାରେ ଏହାକୁ ନଳିତା ବୋଲି ମଧ୍ୟ କୁହାଯାଏ । କାଉଁରିଆ ବା ପିମ୍ପେଇ ସାଧାରଣତଃ ଗଛର ଅନମନୀୟ ଗଣ୍ଡିକୁ କୁହାଯାଇଥାଏ । ଏହି ଗଛରୁ ଜାତ ତନ୍ତୁ ଜାତୀୟ ପଦାର୍ଥ ହେଉଛି ଝୋଟର ଏକ କିସମ ଓ ଏହା ଝୋଟର ବିଭିନ୍ନ ଗୁଣଧର୍ମ ସହିତ ସାମଞ୍ଜସ୍ୟ ରଖିଥାଏ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ବିର୍ସା ମୁଣ୍ଡା ଭାରତର ଜଣେ ଦେଶପ୍ରେମୀ ସଂଗ୍ରାମୀ ଭାବରେ ଇତିହାସରେ ବିଖ୍ୟାତ। ଊନବିଂଶ ଶତାବ୍ଦୀରେ ଭାରତରେ ଇଂରେଜ ଶାସନ କାଳରେ ବିର୍ସା ବିହାର ଓ ଝାଡ଼ଖଣ୍ଡ ଅଞ୍ଚଳର ସ୍ୱାଧୀନତା ସଂଗ୍ରାମୀ ମାନଙ୍କୁ ଏକାଠି କରି ଏକ ବଡ ଧରଣର ବିପ୍ଲବ ଆରମ୍ଭ କରିଥିଲେ । ୨୫ ବର୍ଷ ବୟସର ହେବା ବେଳକୁ ଭାରତର ସ୍ୱାଧୀନତା ସଂଗ୍ରାମର ଇତିହାସରେ ସେ ଏକ ନୂତନ ଫର୍ଦ୍ଦ ଯୋଡ଼ିସାରିଥିଲେ । ସେ ନିଜ ଗାଁ ଏବଂ ଆଖପାଖ ଅଞ୍ଚଳର ଯୁବକ ମାନଙ୍କୁ ଇଂରେଜ ସରକାରଙ୍କ ବିରୋଧରେ ଲଢ଼ିବାକୁ ସଂଗଠିତ କରିପାରିଥିଲେ।
କୃଷ୍ଣ ହିନ୍ଦୁ ଦେବତା ଓ ଭଗବାନ ବିଷ୍ଣୁଙ୍କ ଅବତାର। କୃଷ୍ଣ ଅନ୍ୟ ହିନ୍ଦୁ ଦେବାଦେବୀଙ୍କ ଠାରୁ ଅଧିକ ଆଦରଣୀୟ ଏବଂ ଲୋକପ୍ରିୟ ଦେବତା ମଧ୍ୟରେ ଅନ୍ୟତମ। ଅବତାର ଅର୍ଥ ଅବତୀର୍ଣ୍ଣ ହେବା,ଭକ୍ତ ମାନଙ୍କୁ ଦିବ୍ୟାନନ୍ଦ ପ୍ରଦାନ ନିମିତ୍ତ ଓ ଭଗବତ ଧର୍ମ ଠିକ ସ୍ଥାନରେ ଲାଗି ଦେବକୀଙ୍କ ଗର୍ଭରୁ ଶ୍ରୀକୃଷ୍ଣ ଜନ୍ମ ନେଇଥିଲେ। ଶଙ୍ଖ,ଚକ୍ର,ଗଦା,ପଦ୍ମଧାରୀ ସ୍ୱରୂପରେ ମାତାପିତାଙ୍କୁ ଦର୍ଶନ ଦେଇଥିଲେ। ବାଳକ ରୂପରେ ଲୀଳା ଛଳରେ ଦୈତ୍ୟମାନଙ୍କୁ ସ୍ୱଧାମକୁ ପଠେଇ ପୃଥିବୀର ପାପ ଭାର ଲାଘବ କରିଥିଲେ। ବ୍ରହ୍ମା,ଶଙ୍କର ସନକାଦି ମୂନିଋଷିଙ୍କର ପୂଜ୍ୟ ହୋଇମଧ୍ୟ ସାଧାରଣ ବାଳକ ପରି ଲୀଳା କରୁଥିଲେ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।