ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଛତ୍ରପତି ଶିବାଜୀ ରାଜ ଭୋଁସଲେ ପଶ୍ଚିମ ଭାରତର ମରାଠା ରାଜ୍ୟର ସ୍ଥାପକ ଓ ଶାସକ ଥିଲେ । ମହାରାଷ୍ଟ୍ରରାଜ୍ୟର ପୁନେ ଜିଲ୍ଲାର ଶିବନର ଗିରିଦୁର୍ଗରେ ୧୬୨୭ ଖ୍ରୀଷ୍ଟାବ୍ଦରେ (ମତାନ୍ତରେ ୧୬୩୦ରେ) ଶିବାଜୀ ଜନ୍ମଗ୍ରହଣ କରିଥିଲେ । ଶିବାଜୀଙ୍କ ପିତାଙ୍କ ନାମ ସାହାଜୀ ଭୋଁସଲା ଓ ମାତାଙ୍କ ନାମ ଜିଜାବାଈ । ସାହାଜୀ ପ୍ରଥମେ ଆହମ୍ମଦନଗରର ସୁଲତାନଙ୍କ ପାଖରେ ଚାକିରୀ କରି ପୁନା (ପୁଣେ) ଜାୟଗିରି ପାଇଥିଲେ । ଆହମ୍ମଦନଗରର ପତନ ପରେ ସାହାଜୀ ବିଜାପୁର ସୁଲତାନଙ୍କ ପାଖରେ ଚାକିରୀ କଲେ । ସାହାଜୀ ପୁନାରୁ ଦୂରରେ ରହି ଚାକିରୀ କରିବାରୁ ଶିବାଜୀ ପିଲାଦିନରେ ମାତାଙ୍କ ପାଖରେ ରହି ବିଦ୍ୟାଶିକ୍ଷା ଲାଭ କରିଥିଲେ । ନିଜ ଜନ୍ମଭୂମିକୁ ବିଦେଶୀମାନଙ୍କ କବଳରୁ ମୁକ୍ତକରିବା ଓ ହିନ୍ଦୁ ଜାତି ଓ ହିନ୍ଦୁ ଧର୍ମକୁ ରକ୍ଷା କରିବା ପାଇଁ ସେ ସଂକଳ୍ପ କରିଥିଲେ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଦୁଃଶାସନ ଜେନା (୧୪ ମାର୍ଚ୍ଚ ୧୯୨୫ - ୨୨ ଅପ୍ରେଲ ୧୯୯୫) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ଦୁଃଶାସନ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୭୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ବଡ଼ଚଣା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଶ୍ରୀନିବାସ ରାମାନୁଜନ FRS ( pronunciation ) (୨୨ ଡିସେମ୍ବର 1887 – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ ’ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
କାଳୀଚରଣ ପଟ୍ଟନାୟକ ଜଣେ ଆଧୁନିକ ଓଡ଼ିଆ ନାଟ୍ୟକାର, ଗୀତିକାର, କବି, ସଙ୍ଗୀତଜ୍ଞ ଓ ନୃତ୍ୟ ବିଶାରଦ ଥିଲେ । କାଳୀଚରଣ ପାରମ୍ପରିକ ଲୀଳା ନାଟକ ପ୍ରଦର୍ଶନ କରି ନିଜର ନାଟ୍ୟକାର ଜୀବନ ଅରମ୍ଭ କରିଥିଲେ । ୪ର୍ଥ ଦଶକ ବେଳକୁ ସେ ଆଧୁନିକ ମଞ୍ଚ ନାଟକ ଲେଖି ତାହାର ବିପଣନ କରିବା ଆରମ୍ଭ କରିଥିଲେ । ସେଥିପାଇଁ ୧୯୨୯ ମସିହାରେ "ସାକ୍ଷୀଗୋପାଳ ନାଟକ ସଂଘ' ଓ ୧୯୩୯ରେ "ଓଡ଼ିଶା ଥିଏଟର୍ସ' ନାମରେ ଏକ ରଙ୍ଗମଞ୍ଚ ଗଠନ କରି ଓଡ଼ିଶା ନାଟକାଭିନୟ ଜଗତର ପ୍ରସାର ଓ ଉନ୍ନତି କରିଥିଲେ । ତାଙ୍କର ଜନପ୍ରିୟ ନାଟକ ଗାର୍ଲ ସ୍କୁଲ (୧୯୩୯) ଓଡ଼ିଆ ମଞ୍ଚାଭିନୟରେ ନୂତନ ଯୁଗର ଆରମ୍ଭ କରିଥିଲା । ତାଙ୍କୁ ଆଧୁନିକ ଓଡ଼ିଆ ନାଟ୍ୟଶାସ୍ତ୍ରର ‘ଭରତମୁନି’ ବୋଲି ମଧ୍ୟ କୁହାଯାଏ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ୱବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ଫିନାଇଲେଫ୍ରିନ (ଇଂରାଜୀ ଭାଷାରେ Phenylephrine) ଏକ ଔଷଧ ଯାହା ରକ୍ତ ଚାପ ବୃଦ୍ଧି କରିବାକୁ, ମିଡ୍ରିଆସିସ (dilate the pupil), ଡିକଞ୍ଜେସ୍ଟାଣ୍ଟ (decongestant) ନିମନ୍ତେ ଓ ଅର୍ଶ କମ୍ କରିବାକୁ ଦିଆଯାଏ । ଡିକଞ୍ଜେସ୍ଟାଣ୍ଟ ଭାବରେ ମାର୍କେଟରେ ମିଳିଲେ ମଧ୍ୟ ପାଟିରେ ଦିଆଗଲେ, ଆଲର୍ଜିକ ନାକ ପ୍ରଦାହ ରୋଗ ନିମନ୍ତେ ଏହାର ଉପକାର ସ୍ପଷ୍ଟ ହୋଇନାହିଁ । ଏହା ପାଟିରେ, ଶିରା ଓ ମାଂସପେଶୀରେ ଇଞ୍ଜେକସନ ଆକାରରେ ଦିଆଯାଏ ବା ଚର୍ମରେ ଲଗାଯାଏ ।ଫିନାଇଲେଫ୍ରିନ ପାଟିରେ ନେବାପରେ ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟାରେ ଅଇ, ମୁଣ୍ଡବିନ୍ଧା ଓ ଉଦ୍ବେଗ ପ୍ରକାଶ ପାଇପାରେ । ଅର୍ଶ ଚିକିତ୍ସାରେ ଏହା ସହ୍ୟ କରିହୁଏ । ପାର୍ଶ୍ୱ ପ୍ରତିକ୍ରିୟା ସାଂଘାତିକ ହେଲେ ଧୀର ହୃଦ୍ଗତି , ଅନ୍ତନଳୀ ସ୍ୱଳ୍ପ ରକ୍ତହୀନତା, ଆଞ୍ଜାଇନା, ବୃକ୍କ ଫେଲ (kidney failure) ଓ ଇଞ୍ଜେକସନ ନେବା ସ୍ଥାନରେ ତନ୍ତୁ ମୃତ୍ୟୁ (tissue death) ହୋଇପାରେ । ଗର୍ଭାବସ୍ଥା ଓ ସ୍ତନ୍ୟପାନ (breastfeeding) ସମୟରେ ଏହି ଔଷଧର ନିରାପତ୍ତା ବିଷୟ ସ୍ପଷ୍ଟ ହୋଇନାହିଁ । ଫିନାଇଲେଫ୍ରିନ ଏକ ସିଲେକ୍ଟିଭ ଆଡ୍ରେନର୍ଜିକ ରିସେପ୍ଟର ସକ୍ରିୟକାରୀ (selective α1-adrenergic receptor); ତେଣୁ ଧମନୀ (arteries) ଓ ଶିରା (veins) ସଙ୍କୁଚିତ ହୋଇଯାଏ ।ସନ ୧୯୨୭ରେ ଫିନାଇଲେଫ୍ରିନ ପେଟେଣ୍ଟ ହେବାପରେ ସନ ୧୯୩୮ରେ ଡାକ୍ତରୀ ବ୍ୟବହାର ନିମନ୍ତେ ସ୍ୱୀକୃତ ହୋଇଥିଲା । ଏହା ଜେନେରିକ ଔଷଧ ନାମରେ (generic medication) ବିକ୍ରୟ ହୁଏ । ସଂଯୁକ୍ତ ରାଷ୍ଟ୍ରରେ (United Kingdom) ଏନଏଚଏସକୁ (NHS) ଏହାର ଏକ ଭାଏଲ ପିଛା ପ୍ରାୟ ୪ ପାଉଣ୍ଡ ଖର୍ଚ୍ଚ କରିବାକୁ ପଡ଼ୁଥିଲା । ଏହାର ଅପବ୍ୟବହାର ଅତି ସାଧାରଣ ।
ପ୍ରାଣବନ୍ଧୁ କର (୧ ଡିସେମ୍ବର ୧୯୧୪ - ୩୦ ମାର୍ଚ୍ଚ ୧୯୯୮) ଜଣେ ଅଧ୍ୟାପକ, ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ତାଙ୍କ ରଚିତ କେତେକ ଜଣାଶୁଣା ରଚନା ମଧ୍ୟରେ ଅଶାନ୍ତ, ଶ୍ୱେତପଦ୍ମା ଆଦି ନାଟକ, ଦୂରପାହାଡ଼ ଓ ପେଟୁ ଏକାଙ୍କିକା, ଷଣ୍ଢ ଲଢେଇ ଓ ସୁଅ ମୁହଁରେ ପଥର ଆଦି ଗଳ୍ପ ଅନ୍ୟତମ । କର କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ମାଟିର ମଣିଷ, ଫକୀରମୋହନଙ୍କ ମାମୁ, ପ୍ରାୟଶ୍ଚିତ, ଛ ମାଣ ଆଠ ଗୁଣ୍ଠ, ହରେକୃଷ୍ଣ ମହତାବଙ୍କ ଟାଉଟର ଓ ଫତୁରାନନ୍ଦଙ୍କ ନାକଟା ଚିତ୍ରକରର ନାଟ୍ୟରୂପ ଦେଇଥିଲେ । ତାଙ୍କର ଅଶାନ୍ତ ନାଟକ ନିମନ୍ତେ ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର, ସ୍ନାୟୁ ସଂହାର ନାଟକ ନିମନ୍ତେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାରରେ ସମ୍ମାନୀତ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ପ୍ରମିଳା ମଲ୍ଲିକ (ଜନ୍ମ: ୪ ମାର୍ଚ୍ଚ ୧୯୬୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ୧୯୯୦ ମସିହାରେ ସେ ଓଡ଼ିଶା ବିଧାନ ସଭାର ୧୦ମ ସଭାକୁ ଜନତା ଦଳର ପ୍ରତିନିଧି ଭାବରେ ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ପ୍ରଥମ ଥର ପାଇଁ ନିର୍ବାଚିତ ହୋଇଥିଲେ । ପରବର୍ତ୍ତୀ ସମୟରେ ସେ ପୁଣିଥରେ ୨୦୦୦ ମସିହା ଓଡ଼ିଶା ସାଧାରଣ ନିର୍ବାଚନରେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ସେହି ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ଏହାପରେ ସେ ଲଗାତାର ୨୦୦୪ ମସିହାରେ ୧୩ଶ, ୨୦୦୯ ମସିହାରେ ୧୪ଶ ଏବଂ ୨୦୧୪ ମିସିହାରେ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ପ୍ରମିଳା ପ୍ରଥମଥର ପାଇଁ ୨୦୦୪ ମସିହାରେ ୧୩ଶ ଓଡ଼ିଶା ବିଧାନ ସଭାର ମନ୍ତ୍ରୀମଣ୍ଡଳରେ ମନ୍ତ୍ରୀ ହୋଇଥିଲେ । ସେ ମହିଳା ଓ ଶିଶୁ ବିକାଶ ବିଭାଗର ମନ୍ତ୍ରୀ ଥିଲେ ।
କମ୍ପୁଟର ସଫ୍ଟୱେର କିମ୍ବା ସଫ୍ଟୱେର, କମ୍ପ୍ୟୁଟର ପ୍ରୋଗ୍ରାମ, ଲାଇବ୍ରେରି ଏବଂ ସେମାନଙ୍କ ସମ୍ବନ୍ଧିତ ନଥିକରଣକୁ ନେଇ ଗଠିତ । "ସଫ୍ଟୱେର" ଶବ୍ଦଟି କେବେ କେବେ ସଙ୍କୁଚିତ ଅର୍ଥରେ ଆପ୍ଲିକେସନ ସଫ୍ଟୱେରକୁ ମଧ୍ୟ ବୁଝାଇଥାଏ । ସଫ୍ଟୱେର କମ୍ପ୍ୟୁଟର ମେମୋରିରେ ସାଇତା ହୋଇ ରହିଥାଏ ଏବଂ ଏହାକୁ କେହି ଛୁଇଁପାରିବେ ନାହିଁ ।ନିମ୍ନତମ ସୋପାନରେ, ଏକ୍ସକ୍ୟୁଟ କରାହୋଇପାରିବା କୋଡ଼ସମୂହ ଏକ ନିର୍ଦ୍ଦିଷ୍ଟ ପ୍ରସେସର– ସାଧାରଣତଃ ଏକ ସେଣ୍ଟ୍ରାଲ ପ୍ରୋସେସିଙ୍ଗ ୟୁନିଟ (ସିପିୟୁ) ସହ ସମ୍ବନ୍ଧିତ ମେସିନ ଲାଙ୍ଗୁଏଜକୁ ନେଇ ଗଠିତ । ଏକ ମେସିନ ଲାଙ୍ଗୁଏଜ ପ୍ରୋସେସର ସୂଚନାକୁ ସୂଚାଉଥିବା ବାଇନାରି ମୂଲ୍ୟକୁ ନେଇ ଗଠିତ ଦଳମାନଙ୍କୁ ନେଇ ତିଆରି । ଏହି ମୂଲ୍ୟସବୁ କମ୍ପ୍ୟୁଟରର ପୂର୍ବ ଅବସ୍ଥାକୁ ବଦଳାଇଥାଏ ।
ଜଗନ୍ନାଥ ଦାସ (1487-1547) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ୱାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ଭାରତର ସଂସ୍କୃତି, ବହୁ ଉପାଦାନରେ ଗଢ଼ା, ଯେଉଁଥିରେ ଭାରତର ଦୀର୍ଘ ଇତିହାସ , ଅଦ୍ୱିତୀୟ ଭୂଗୋଳ ଏବଂ ସିନ୍ଧୁ-ଘାଟୀର ପ୍ରାଚୀନ ସଭ୍ୟତା ସାମିଲ । ଏହାଛଡ଼ା ବୈଦିକ ଯୁଗରେ ପ୍ରଭାବ , ଭାରତରେ ବୌଦ୍ଧ ଧର୍ମ , ସ୍ୱର୍ଣ୍ଣ ଯୁଗର ଆରମ୍ଭ ଏବଂ ତାହାର ଅସ୍ତଗମନ ସହିତ ଆମର ନିଜ ପ୍ରାଚୀନ ସାମ୍ରାଜ୍ୟ ମଧ୍ୟ ସାମିଲ ହୋଇଛି । ଏହା ସହିତ ପଡୋଶୀ ଦେଶର ଚାଲିଚଳନ , ପରମ୍ପରା ଏବଂ ବିଚାରର ମଧ୍ୟ ଏଥିରେ ସମାବେଶ ହୋଇଛି । ପାଞ୍ଚ ହଜାର ବର୍ଷ ପୂର୍ବରୁ ଅଧିକ ସମୟରେ ଭାରତର ରୀତି ନିତି , ଭାଷା , ପ୍ରଥା ଏବଂ ପରମ୍ପରା ପରସ୍ପର ସମ୍ବନ୍ଧରେ ମହାନ ବିବିଧତାର ଏକ ଅଦ୍ୱିତୀୟ ଉଦାହରଣ ଦେଇଥାଏ । ଭାରତ ବହୁ ଧାର୍ମିକ ପ୍ରଣାଳୀ (religious systems), ଯେପରି ହିନ୍ଦୁ ଧର୍ମ , ଜୈନ ଧର୍ମ , ବୌଦ୍ଧ ଧର୍ମ ଏବଂ ଶିଖ ଧର୍ମ ପରି ଧର୍ମ ମାନଙ୍କର ଜନକ ଅଟେ । ଏହି ମିଶ୍ରଣରେ ଭାରତରେ ଉତ୍ପନ୍ନ ହେଉଥିବା ବିଭିନ୍ନ ଧର୍ମ ଏବଂ ପରମ୍ପରା ବିଶ୍ୱର ଅଲଗା-ଅଲଗା ଅଂଶକୁ ମଧ୍ୟ ବହୁ ପ୍ରଭାବିତ କରିପାରିଛି ।
ବିନିକେୟୀ ଅନୁଗୋଳ ଜିଲ୍ଲାର ଆଠମଲ୍ଲିକ ଉପଖଣ୍ଡସ୍ଥିତ ଏକ ପ୍ରାକୃତିକ ମନୋହର ପର୍ଯ୍ୟଟନ ସ୍ଥଳୀ । ଏହା ମହାନଦୀ କୂଳରେ ଅବସ୍ତିତ । ଏହାର ପ୍ରାକୃତିକ ସୌନ୍ଦର୍ଯ୍ୟ ଯୋଗୁଁ ଏଠାରେ ବାରମାସ ପର୍ଯ୍ୟଟକଙ୍କ ଭିଡ଼ ହୋଇଥାଏ । ଏଠାରେ ମା’ ବିନିକେୟୀ ପୂଜା ପାଉଛନ୍ତି । ଦୋଳ ପୂର୍ଣ୍ଣିମାର ଆଠଦିନ ଅର୍ଥାତ ଆଠଦୋଳ ଠାରୁ ତିନିଦିନ ପର୍ଯ୍ୟନ୍ତ ଏଠାରେ ମା’ ବିନିକେୟୀଙ୍କର ପ୍ରସିଦ୍ଧ ବିନିକେୟୀ ଯାତ୍ରା ଅନୁଷ୍ଠିତ ହୁଏ । ଆଠମଲ୍ଲିକରୁ ପୂର୍ବ ଦିଗକୁ ପଚିଶି କି.ମି.
ସୁରମା ପାଢ଼ୀ (ଜନ୍ମ: ୨୯ ଡିସେମ୍ବର ୧୯୬୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟି ରାଜନୈତିକ ଦଳ ସହ ସଂପୃକ୍ତ ଅଛନ୍ତି । ସୁରମା ଓଡ଼ିଶା ବିଧାନ ସଭାକୁ ଜଣେ ବିଧାୟିକା ଭାବରେ ନିର୍ବାଚିତ ହୋଇଥିଲେ । ୨୦୦୪ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ଅହିଂସା (IAST: ahiṃsā, ପାଲି: avihiṃsā) ଶବ୍ଦଟି ଦୁଇଟି ସଂସ୍କୃତ ଶବ୍ଦ 'ହିମ୍' ଏବଂ 'ହିଂସା'ରୁ ଉତ୍ପନ୍ନ ହୋଇଛି l 'ହିମ୍' ଶବ୍ଦର ଅର୍ଥ ପ୍ରହାର ଏବଂ 'ହିଂସା' ଶବ୍ଦଟିର ଅର୍ଥ କ୍ରୁରତା, ମାତ୍ର ନଞ୍ଜ ତତପୁରୁଷ ବ୍ୟବହାରରୁ ସୃଷ୍ଟ 'ଅହିଂସା ଶବ୍ଦର ଅର୍ଥ ଏଗୁଡିକ ଠାରୁ ସମ୍ପୂର୍ଣ୍ଣ ଭିନ୍ନ l ଅହିଂସାର ଅର୍ଥ ହେଉଛି ସମସ୍ତ ଜୀବନ୍ତ ପ୍ରାଣୀ, ଏପରିକି ପଶୁମାନଙ୍କ ପ୍ରତି ସହୁଦୟତା ଏବଂ କ୍ରୁର ବ୍ୟବହାରର ପରିତ୍ୟାଗ lଅହିଂସା ଆଦିସନାତନ ଧର୍ମ ସମେତ ଜୈନଧର୍ମ ଏବଂ ବୌଦ୍ଧଧର୍ମର ମୌଳିକ କଥାବସ୍ତୁ l ଅହିଂସା ଏକ ବହୁଆୟାମଭିତ୍ତିକ ସିଦ୍ଧାନ୍ତ ଯାହାର ମୂଳ ଆଧାରଟି ହେଉଛି ପ୍ରତ୍ୟେକ ଜୀବରେ ଦିବ୍ୟଶକ୍ତି ତଥା ଭଗବାନଙ୍କର ଖୁଦ୍ର କଣିକାସମ ଅଂଶ ରହିଅଛି; ଏଣୁ କୌଣସି ଜୀବ ପ୍ରତି ହିଂସା ସ୍ୱୟଂ ଭଗବାନଙ୍କର ଅପମାନ ସହିତ ସମାନ l ଏହାର ଅନ୍ୟ ଏକ ଦିଗ ହେଉଛି ଯେହେତୁ ପ୍ରତ୍ୟେକ କ୍ରିୟାର ପ୍ରତିକ୍ରିୟା ମିଳିବ ଅବଶମ୍ଭାବୀ, ହିଂସାରୂପକ କର୍ମର ପ୍ରତିକ୍ରିୟା ମଧ୍ୟ କର୍ମଚକ୍ର ଅନୁସାରେ ମିଳିଥାଏ l ଯଦିଓ ଅହିଂସା ନୀତି ହିନ୍ଦୁଧର୍ମଦ୍ୱାରା ପ୍ରବର୍ତ୍ତିତ ହୋଇଥିଲା, ଏହା ବର୍ତ୍ତମାନ ଜୈନଧର୍ମର ଅଭିନ୍ନ ଅଙ୍ଗରୂପେ ପରିଗଣିତ l ମହାତ୍ମାଗାନ୍ଧୀଙ୍କର ମଧ୍ୟ ଅହିଂସା ସିଦ୍ଧାନ୍ତରେ ବିଶ୍ୱାସ ଥିଲା lଏହି ନୀତିର 'ଅନ୍ୟର କ୍ଷତି ନ କରିବା' ଅନୁସାରେ ମଣିଷ କାୟମନୋବାକ୍ୟରେ ଅନ୍ୟର କ୍ଷତି କରିବା ଉଚିତ ନୁହେଁ l ଏତତବ୍ୟତୀତ ରାମାୟଣ ଏବଂ ମହାଭାରତ ଆଦି ମହାକାବ୍ୟରେ ଆତ୍ମ-ସୁରକ୍ଷା ଏବଂ ଏହାର ଆବଶ୍ୟକତା ଦିଗରେ ମଧ୍ୟ ଆଲୋକପାତ କରାଯାଇଛି l
ଲାବ୍ରାଡର ବା ଲାବ୍ରାଡର ରିଟ୍ରିଭର (ଇଂରାଜୀ ଭାଷାରେ Labrador Retriever) ଏକ ଶିକାରୀ କୁକୁର ଯିଏ କୌଣସି ଦ୍ରବ୍ୟକୁ ଖୋଜି ମାଲିକ ପାଖକୁ ନେଇଆସେ । କାନାଡ଼ାରେ, ସଂଯୁକ୍ତ ରାଷ୍ଟ୍ରରେ , ଓ ଯୁକ୍ତରାଷ୍ଟ୍ର ଆମେରିକାରେ ଲାବ୍ରାଡର ରିଟ୍ରିଭର ସର୍ବାଧିକ ଲୋକପ୍ରିୟ କୁକୁର ଅନେକ ଦେଶରେ ଏହା ଏକ ସାହାଯ୍ୟକାରୀ (disability assistance ) କୁକୁର ମାନ୍ୟତା ପାଇଛି । ଅନ୍ଧତ୍ୱ ଓ ଅଟିଜିମ୍ ରୋଗ ପ୍ରପିଡ଼ିତ ଲୋକଙ୍କୁ ସାହାଯ୍ୟ କରିବା ନିମନ୍ତ ଏହି ଲାବ୍ରାଡର କୁକୁରକୁ ଅନେକ ପ୍ରଶିକ୍ଷଣ ଦିଆଯାଏ । ଲାବ୍ରାଡରକୁ ଏକ ଥେରାପି କୁକୁରର କାମ କରେ ଓ ସେଥିପାଇଁ ତାକୁ ମର୍ଯ୍ୟାଦା ଦିଆଯାଏ ଯିଏ । ଏହା ପୋଲିସ ଓ ଅନ୍ୟାନ୍ୟ ସରକାରୀ କାର୍ଯ୍ୟ ନିମନ୍ତେ ଅନୁସନ୍ଧାନ ଓ ସ୍କ୍ରିନିଙ୍ଗ କରେ । ଏହି ଜାତିର କୁକୁର ଅତି ଆଜ୍ଞାକାରୀ, ପ୍ରଭୁଭକ୍ତ ଓ ଖେଳୁଆଡ଼ ମନିଭାବର ହୁଅନ୍ତି । ଅଧିକନ୍ତୁ ସେମାନେ ଖେଲୁଆଡ଼ ଓ ଶିକାରି ହୋଇଥାଆନ୍ତି । ସନ ୧୮୩୦ରେ ଆଲେକଜାଣ୍ଡର ହୋମ, ଦଶମ ଇଅର୍ଲ ଅଫ ହୋମ (10th Earl of Home), ଓ ତାଙ୍କ ପୁରୁରା ୱାଲଟର ମଣ୍ଟେଗୁ ଡଗଲାସ ସ୍କଟ, ୫ମ ଡ୍ୟୁକ ଅଫ କୁକ୍ଲେଉଚ (5th Duke of Buccleuch) ଓ ଲର୍ଡ଼ ଜନ ସ୍କଟ (Lord John Scott), ଏହି କୁକୁରର ପୂର୍ବପୁରୁଷକୁ ନିଉଫାଉଣ୍ଡଲାଣ୍ଡରୁ ୟୁରୋପକୁ ଶିକାରୀ କୁକୁର ଭାବରେ ଆମଦାନୀ କରିଥିଲେ । ଏହି ନିଉଫାଣ୍ଡଲାଣ୍ଡ କୁକୁରକୁ ପରେ ଲାବ୍ରାଡର ନାମକରଣ କରାଗଲା ଯାହାକୁ ଜେମସ୍ ହାରିସ (2nd Earl of Malmesbury) ପାଳନ କରି ୱାଟରଫାଉଲ ଶିକାର (waterfowling) ନିମନ୍ତେ ଦକ୍ଷ କରିଥିଲେ । ସନ ୧୮୮୦ରେ ଜେମସ୍ ହାରିସ, ଉଇଲିଅମ ମଣ୍ଟେଗୁ ଡଗଲାସ ସ୍କଟ ଓ ଚାର୍ଲସ ଡଗଲାସ-ହୋମ ସହଯୋଗ କରି ଆଧୁନିକ ଲାବ୍ରାଡରର ବିକାଶ ସାଧନ କଲେ । ଦୁଇ କୁକୁରଙ୍କୁ ଆମଦାନୀ କରାଯାଇଥିବା ମାଈ କୁକୁରଙ୍କ ସାଥିରେ ସଙ୍ଗମ କରେଇଲେ । ତାଙ୍କର ଛୁଆଗୁଡ଼ିକ ଅଧୁନିକ ଲାବ୍ରାଡରମାନଙ୍କର ପୁର୍ବପୁରୁଷର ମାନ୍ୟତା ଦିଆଯାଏ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ବାମାଚରଣ ମିତ୍ର (୧୭ ଡିସେମ୍ବର ୧୯୧୫ - ୨୧ ଫେବୃଆରୀ ୧୯୭୫) ଜଣେ ଓଡ଼ିଆ ଲେଖକ ଓ ଅନୁବାଦକ । ସେ ଓଡ଼ିଆରେ ନବେରୁ ଅଧିକ କ୍ଷୁଦ୍ରଗଳ୍ପ (ଯହିଁରୁ ୨୪ଟିକୁ ନେଇ "ବାମାଚରଣ ଗଳ୍ପ ସମ୍ଭାର" ନାମରେ ସଂକଳନ ପ୍ରକାଶିତ), ତିନୋଟି ଉପନ୍ୟାସ ଓ ଅନୁବାଦ ସାହିତ୍ୟ ରଚନା କରିଥିଲେ । ୨୦୧୫ ମସିହାରେ ତାଙ୍କର ସମସ୍ତ ରଚନା ଡିଜିଟାଲ ରୂପରେ ସୃଜନିକା ତରଫରୁ ଏକ ସିଡିରେ ପ୍ରକାଶିତ । ତାଙ୍କ ରଚିତ ପ୍ରମୁଖ ଉପନ୍ୟାସମାନ ହେଲେ "କୀର୍ତ୍ତିଶଯ୍ୟ" (ପ୍ରଥମ ରଚିତ ଉପନ୍ୟାସ), "ନରଛଞ୍ଚାଣ" ତଥା ଗଳ୍ପସଂକଳନମାନ ହେଲେ "ସ୍ୱପ୍ନସିଦ୍ଧ", "ବଟ ମହାପୁରୁଷ", "ଅସୀମ" ଓ "ମହାପୁରୁଷ ବାଗ" । ସେ ପ୍ରବନ୍ଧ ସଂକଳନ "ଏଣୁଶ୍ଚ ତେଣୁଶ୍ଚ" ପାଇଁ ୧୯୬୯-୧୯୭୩ରେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନୀତ ହୋଇଥିଲେ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
କ୍ରିସ୍ମସ୍ ଟ୍ରି ବା କ୍ରିସ୍ମସ୍ ଗଛ ବା ବଡ଼ଦିନ ଗଛ (ଇଂରାଜୀରେ Christmas tree) ଏକ କୋନାକାର ଗଛ ଯାହାକୁ ବଡ଼ଦିନ ଉପଲକ୍ଷେ ଖ୍ରୀଷ୍ଟ ଧର୍ମାବଲମ୍ୱୀମାନେ ସୁସଜ୍ଜିତ କରିଥାନ୍ତି । ପାଇନ୍ ଜାତୀୟ କୌଣସି ଗଛର ଅଂଶ ବା କୃତ୍ରିମ ଗଛକୁ ବଡ଼ଦିନ ଉପଲକ୍ଷେ ସଜାଇବାର ପ୍ରଥା ଉତ୍ତର ୟୁରୋପରୁ ଆରମ୍ଭ ହୋଇଥିଲା । ମଧ୍ୟଯୁଗୀୟ ଲିଭୋନିଆରେ (ବର୍ତ୍ତମାନ ସମୟର ଇଷ୍ଟୋନିଆ ଓ ଲାଟ୍ଭିଆ) ଏହି ପ୍ରଥା ଜନ୍ମ ହୋଇଥିଲା ଏବଂ ଆଧୁନିକ ଯୁଗର ପ୍ରାରମ୍ଭରୁ ଜର୍ମାନୀର ପ୍ରୋଟେଷ୍ଟାଣ୍ଟ୍ ଖ୍ରୀଷ୍ଟିୟାନ୍ମାନେ ଏହି ସଜ୍ଜିତ ଗଛ ଘରକୁ ଆଣୁଥିଲେ ବା ଗଛକୁ ଘରକୁ ଆଣି ସଜାଉଥିଲେ । ପରେ ଏହି ପ୍ରଥାର ଲୋକପ୍ରିୟତା ଜର୍ମାନୀର ଲୁଥେରାନ୍ ଅଞ୍ଚଳକୁ ଅତିକ୍ରମ କରି ଅନ୍ୟ ପ୍ରାନ୍ତକୁ ବ୍ୟାପି ଯାଇଥିଲା । କ୍ରମଶଃ ଉନବିଂଶ ଶତାବ୍ଦୀର ଦ୍ୱିତୀୟାର୍ଦ୍ଧରେ ବଲ୍ଟିକ୍ ସାଗରତଟସ୍ଥ ଦେଶଗୁଡ଼ିକର ସମ୍ଭ୍ରାନ୍ତ ପରିବାରମାନଙ୍କରେ କ୍ରିସ୍ମସ୍ ଗଛ ପ୍ରଥା ପ୍ରଚଳିତ ହେବାକୁ ଲାଗିଲା ।ପାରମ୍ପରିକ ଭାବେ କ୍ରିସ୍ମସ୍ ଗଛକୁ କାଗଜର ଗୋଲାପ ଫୁଲ, ସେଓ ଫଳ, ୱେଫର୍, ଚକମକିଆ ଝରା ବା ଝାଲେରୀ ଓ ମିଷ୍ଟାନ୍ନ ଇତ୍ୟାଦିଦ୍ୱାରା ସଜାଇବାର ପ୍ରଥା ରହିଛି । ଅଷ୍ଟଦଶ ଶତାବ୍ଦୀରେ କ୍ରିସ୍ମସ୍ ଗଛକୁ ମହମବତୀ ଓ ଦୀପର ଆଲୋକମାଳାରେ ଏବଂ ଅଧୁନା ବିଦ୍ୟୁତ୍ ଆଲୋକମାଳାରେ ସୁସଜ୍ଜିତ କରାଯାଉଛି । ବର୍ତ୍ତମାନ ସମୟରେ ଏହି ଗଛଗୁଡ଼ିକୁ ନୂତନ ବଡ଼ଦିନ ମାଳା, ରଙ୍ଗବେରଙ୍ଗ ବଲ୍ ଓ ଚକୋଲେଟ୍ ଇତ୍ୟାଦିଦ୍ୱାରା ମଧ୍ୟ ସଜାଯାଉଛି । ଗଛର ସର୍ବୋଚ୍ଚ ଭାଗରେ ଏକ ପ୍ରଜ୍ଜ୍ୱଳମାନ ତାରକା ଖଚିତ ହୋଇଥାଏ, ଯାହା ଯୀଶୁଖ୍ରୀଷ୍ଟଙ୍କ ଜନ୍ମ ବୃତ୍ତାନ୍ତ କାହାଣୀର ଜଣେ ଚରିତ୍ର ବେଥ୍ଲେହେମ୍ ତାରକାର ଦେବଦୂତ (ଏଞ୍ଜେଲ୍) ଗାବ୍ରିଏଲ୍ଙ୍କ ସୂଚକ । ରିବନ୍ ଫିତା ସାହାଯ୍ୟରେ କ୍ରିସ୍ମସ୍ ଗଛର ଡାଳରୁ ଜିଞ୍ଜର୍ ବ୍ରେଡ଼୍ (ଅଦା ପାଉଁରୁଟି), ଚକୋଲେଟ୍ ଓ ଅନ୍ୟାନ୍ୟ ମିଷ୍ଟାନ୍ନ ଇଦ୍ୟାଦି ଖାଦ୍ୟ ପଦାର୍ଥ ଝୁଲାଇ ଦିଆଯାଏ ।
ଗୋଟିଏ ସ୍ୱାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ୱାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ୱ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି lଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ୱବିଦ୍ୟାଳୟରୁ ଏଲ.ଏଲ.ଏମ.
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ .
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନ୍ସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ୱାଧୀନତା ସଂଗ୍ରାମର ଜଣେ ନାୟିକା ଥିଲେ । ସ୍ୱଦେଶ ଓ ସ୍ୱଜାତିକୁ ପରାଧୀନତାର ବନ୍ଧନରୁ ମୁକ୍ତ କରିବା ପାଇଁ ସେ ସଂଗ୍ରାମ କରିଥିଲେ । ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗଚାଳନା, ଅଶ୍ୱାରୋହଣ, ବିଭିନ୍ନ ପ୍ରକାର ଶାରୀରିକ ବ୍ୟାୟାମ, ଦୁର୍ଦ୍ଦାନ୍ତ ହସ୍ତୀମାନଙ୍କୁ ଆୟତ କରିବା ଆଦି କଳାରେ ସେ ପାରଙ୍ଗମ ଥିଲେ ।
କମଳା ଦାସ (ଜନ୍ମ: ୧୬ ଅଗଷ୍ଟ ୧୯୪୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଜନତା ଦଳର ଜଣେ କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ, ମାତ୍ର ପରବର୍ତ୍ତୀ ସମୟରେ ବିଜୁ ଜନତା ଦଳର ଗଠନ ପରେ ସେ ବିଜେଡ଼ିରେ ଯୋଗ ଦେଇଥିଲେ ଏବଂ ପରେ ବିଜେଡ଼ି ଛାଡ଼ି ଭାରତୀୟ ଜାତୀୟ କଂଗ୍ରେସରେ ଯୋଗ ଦେଇଥିଲେ ଓ ୨୦୧୪ ମସିହାରେ ପୁଣି କଂଗ୍ରେସ ଛାଡ଼ି ବିଜେଡ଼ିରେ ଯୋଗ ଦେଇଥିଲେ । କମଳା ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟିକା ଭାବରେ କାର୍ଯ୍ୟ କରିବା ସହ ଜଣେ ମନ୍ତ୍ରୀ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ ।କମଳା ୧୯୯୦ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଜନତା ଦଳର ପ୍ରତିନିଧି ଭାବରେ ନିର୍ବାଚନରେ ବିଜୟୀ ହୋଇ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହାପରେ ସେ ୧୯୯୫ ଓଡ଼ିଶା ବିଧାନ ସଭା ନିର୍ବାଚନରେ ପୁଣିଥରେ ଜନତା ଦଳର ପ୍ରତିନିଧି ଭାବରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ବିଜୟୀ ହୋଇ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ପରେ ସେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ୨୦୦୦ ମସିହାରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀ ଆସନରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।କମଳା ୧୦ମ ଓଡ଼ିଶା ବିଧାନ ସଭାରେ ବିଜୁ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ୧୯୯୦ରୁ ୧୯୯୫ ଯାଏଁ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ଏବଂ ପୁଣିଥରେ ୧୨ଶ ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ଜଣେ ମନ୍ତ୍ରୀ ଭାବରେ ୨୦୦୦ ମସିହାରୁ ୨୦୦୧ ମସିହାଯାଏଁ କାର୍ଯ୍ୟ କରିଥିଲେ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ବଳଦେବ ରଥ (୧୭୮୯ - ୧୮୪୫) ଗଞ୍ଜାମ ଜିଲ୍ଲାର ଜଣେ ଓଡ଼ିଆ ରୀତି ଯୁଗର କବି । ସେ କବିସୂର୍ଯ୍ୟ ଭାବେ ପରିଚିତ । ଏକାଧାରରେ ଜଣେ କବି ଓ ସଙ୍ଗୀତକାର ଭାବରେ କବିତା, ଚମ୍ପୂ ଆଦିର ରଚନା କରି ସ୍ୱରସଂଯୋଜନା କରିଥିଲେ । ଗଞ୍ଜାମ ଜିଲ୍ଲାର ଢୁମ୍ପା ସଙ୍ଗୀତକୁ କବିସୂର୍ଯ୍ୟ ଆରମ୍ଭ କରିଥିଲେ ଓ ଗୀତ ରଚନା କରିଥିଲେ । ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ୱାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ବିଟ କଏନ ଏକ ଗୁପ୍ତ ମୁଦ୍ରା ବା ଅଦୃଶ୍ୟ କ୍ୟାଶ ଅଟେ । ଏହାକୁ ଅନଲାଇନ ୱାଲେଟ ମଧ୍ୟ କୁହାଯାଏ । ଅନଲାଇନରେ ଦ୍ରବ୍ୟ କ୍ରୟ ପାଇଁ ଏହାକୁ ବ୍ୟବହାର କରାଯାଏ । ସାଂଖିକ ଦେଣନେଣ ( ଡିଜିଟାଲ ପେମେଣ୍ଟ )ର ଏହା ଏକ ମାଧ୍ୟମ ଅଟେ । ବିଟ କଏନଦ୍ୱାରା ବିଶ୍ୱର ଯେକୌଣସି ସ୍ଥାନରୁ ସିଧାସଳଖ କିଣାବିକା କରାଯାଇ ପାରେ । ଏକ ଅଜ୍ଞାତ ପ୍ରୋଗ୍ରାମର କିମ୍ବା ସତୋଶୀ ନାକାମୋତୋ ନାମକ ଏକ ପ୍ରୋଗ୍ରାମର ଗୋଷ୍ଠୀଦ୍ୱାରା ଉଦ୍ଭାବିତ ହୋଇଥିଲା । ଏହାକୁ ଓପନ ସୋର୍ସରେ ୨୦୦୯ ମସିହାରେ ଛଡ଼ାଯାଇଥିଲା ।
ନାରାୟଣ ସାହୁ (ଜନ୍ମ ୨୫ ନଭେମ୍ବର ୧୯୫୫) ଜଣେ ଓଡ଼ିଆ ଅଧ୍ୟାପକ ଓ ନାଟ୍ୟକାର । ଏଯାବତ ତାଙ୍କର ୨୦ରୁ ଉର୍ଦ୍ଧ ନାଟକ ପ୍ରକାଶିତ ହୋଇସାରିଛି । ସେ ଉତ୍କଳ ବିଶ୍ୱବିଦ୍ୟାଳୟରେ ସେ ଅଧ୍ୟାପନା କରିଛନ୍ତି । ତାଙ୍କର ନାଟକ ଆଶ୍ରା ଖୋଜି ବୁଲୁଥିବା ଇଶ୍ୱର ପାଇଁ ତାଙ୍କୁ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ଆକାଶବାଣୀ ନାଟ୍ୟକାର ପୁରସ୍କାର, ଝଙ୍କାର ନାଟକ ପୁରସ୍କାର ଓ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାରରେ ସମ୍ମାନୀତ ।
ପ୍ରଯୁକ୍ତି ବିଦ୍ୟା ବା ଟେକ୍ନୋଲୋଜି ଶବ୍ଦଟି ପ୍ରାଚୀନ ଗ୍ରୀକ ଶବ୍ଦାଦ୍ୱୟ τέχνη, techne, "କଳା, କୌଶଳ, ହାତର ଚମତ୍କାରିତା"; ଏବଂ -λογία, -logia "ଅଧ୍ୟୟନ"ରୁ ଅସିଛି । ଏହା ବ୍ୟବହାରିକ ବିଜ୍ଞାନକୁ ସୁଚାଇଥାଏ । କୌଣସି ସମସ୍ୟାର ସମାଧାନ, ପୂର୍ବରୁ ପ୍ରଚଳିତ ସମାଧାନର ଉନ୍ନତି କିମ୍ବା ଜୀବନ ଧାରଣ ମାନରେ ଉନ୍ନତି ପାଇଁ କୌଣସି ଏକ ଯନ୍ତ୍ର, ଉପକରଣ, କଳା କିମ୍ବା କୌଶଳର ଗଠନ, ପରିବର୍ତ୍ତନ, ବ୍ୟବହାର ଓ ଜ୍ଞନ ଆହରଣକୁ ଆମେ ପ୍ରଯୁକ୍ତି ବିଦ୍ୟା କହିଥାଉ ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ବାଲ୍ୟ ବିବାହ ହେଉଛି ନିର୍ଦ୍ଦିଷ୍ଟ ବୟସ ସୀମା ନ ହେଉଣୁ ଦୁଇ ବ୍ୟକ୍ତିଙ୍କ ମଧ୍ୟରେ ଓୌପଚାରିକ ଅବା ଅଣ ଓୌପଚାରିକ ବିବାହ । ବିଭିନ୍ନ ସଙ୍ଗଠନ ଓ ୟୁନିସେଫଦ୍ୱାରା ନାବାଳକଙ୍କ ବୟସ ସୀମା ୧୮ବର୍ଷ ଧାର୍ଯ୍ୟ କରାଯାଇଛି । ଆଇନଗତ ଭାବେ ବିବାହ ବୟସ ୧୮ ବର୍ଷରୁ କମ୍ ହୋଇଥିଲେ ଏହା ଆଇନର ବିରୁଦ୍ଧ ଅଟେ । ଅଭିଭାବକଙ୍କ ସହମତି ଅବା ଟିନ ଏଜ ଗର୍ଭଧାରଣ କରିବା ଭଳି କ୍ଷେତ୍ରରେ ଅନେକ ଆଇନ ବୟସ ପୁର୍ବରୁ ବିବାହକୁ ସ୍ୱୀକୃତି ଦେଇଥାନ୍ତି । ଯଦିଓ କିଛି ଦେଶରେ ବିବାହର ବୟସ ସୀମା ୧୮ ବର୍ଷ ରହିଛି କିନ୍ତୁ ପାରମ୍ପରିକ ବିଶ୍ୱାସ ଏକ୍ଷେତ୍ରରେ ଆଇନ ଉପରେ ଭାରି ପଡିଥାଏ । ମାତ୍ର ଏକଥାକୁ ଅସ୍ୱୀକାର କରାଯାଇ ନପାରେ ଯେ ବାଲ୍ୟ ବିବାହ ଉଭୟ ପୁଅ ଓ ଝିଅଙ୍କ ଉପରେ କୁପ୍ରଭାବ ପାକାଇଥାଏ, ଏହି କ୍ଷେତ୍ରରେ ବିଶେଷ ଭାବେ ଝିଅମାନେ ଅଧିକ ପ୍ରଭାବିତ ହୋଇଥାନ୍ତି । ବହୁ ଦିନ ଧରି ବହୁ ସ୍ଥାନରେ ବାଲ୍ୟ ବିବାହ ପରମ୍ପରା ଚାଲି ଆସୁଛି । ଜାତିସଙ୍ଘର ବିଭିନ୍ନ ସଂସ୍ଥାର କହିବା କଥା କେବଳ ସମ୍ମନ୍ୱିତ ଯୌନ ଶିକ୍ଷା ଏଭଳି ପରମ୍ପରାକୁ ଦୂର କରିପାରିବ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।