ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ୱାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ୱାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ଫିନାଇଲେଫ୍ରିନ (ଇଂରାଜୀ ଭାଷାରେ Phenylephrine) ଏକ ଔଷଧ ଯାହା ରକ୍ତ ଚାପ ବୃଦ୍ଧି କରିବାକୁ, ମିଡ୍ରିଆସିସ (dilate the pupil), ଡିକଞ୍ଜେସ୍ଟାଣ୍ଟ (decongestant) ନିମନ୍ତେ ଓ ଅର୍ଶ କମ୍ କରିବାକୁ ଦିଆଯାଏ । ଡିକଞ୍ଜେସ୍ଟାଣ୍ଟ ଭାବରେ ମାର୍କେଟରେ ମିଳିଲେ ମଧ୍ୟ ପାଟିରେ ଦିଆଗଲେ, ଆଲର୍ଜିକ ନାକ ପ୍ରଦାହ ରୋଗ ନିମନ୍ତେ ଏହାର ଉପକାର ସ୍ପଷ୍ଟ ହୋଇନାହିଁ । ଏହା ପାଟିରେ, ଶିରା ଓ ମାଂସପେଶୀରେ ଇଞ୍ଜେକସନ ଆକାରରେ ଦିଆଯାଏ ବା ଚର୍ମରେ ଲଗାଯାଏ ।ଫିନାଇଲେଫ୍ରିନ ପାଟିରେ ନେବାପରେ ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟାରେ ଅଇ, ମୁଣ୍ଡବିନ୍ଧା ଓ ଉଦ୍ବେଗ ପ୍ରକାଶ ପାଇପାରେ । ଅର୍ଶ ଚିକିତ୍ସାରେ ଏହା ସହ୍ୟ କରିହୁଏ । ପାର୍ଶ୍ୱ ପ୍ରତିକ୍ରିୟା ସାଂଘାତିକ ହେଲେ ଧୀର ହୃଦ୍ଗତି , ଅନ୍ତନଳୀ ସ୍ୱଳ୍ପ ରକ୍ତହୀନତା, ଆଞ୍ଜାଇନା, ବୃକ୍କ ଫେଲ (kidney failure) ଓ ଇଞ୍ଜେକସନ ନେବା ସ୍ଥାନରେ ତନ୍ତୁ ମୃତ୍ୟୁ (tissue death) ହୋଇପାରେ । ଗର୍ଭାବସ୍ଥା ଓ ସ୍ତନ୍ୟପାନ (breastfeeding) ସମୟରେ ଏହି ଔଷଧର ନିରାପତ୍ତା ବିଷୟ ସ୍ପଷ୍ଟ ହୋଇନାହିଁ । ଫିନାଇଲେଫ୍ରିନ ଏକ ସିଲେକ୍ଟିଭ ଆଡ୍ରେନର୍ଜିକ ରିସେପ୍ଟର ସକ୍ରିୟକାରୀ (selective α1-adrenergic receptor); ତେଣୁ ଧମନୀ (arteries) ଓ ଶିରା (veins) ସଙ୍କୁଚିତ ହୋଇଯାଏ ।ସନ ୧୯୨୭ରେ ଫିନାଇଲେଫ୍ରିନ ପେଟେଣ୍ଟ ହେବାପରେ ସନ ୧୯୩୮ରେ ଡାକ୍ତରୀ ବ୍ୟବହାର ନିମନ୍ତେ ସ୍ୱୀକୃତ ହୋଇଥିଲା । ଏହା ଜେନେରିକ ଔଷଧ ନାମରେ (generic medication) ବିକ୍ରୟ ହୁଏ । ସଂଯୁକ୍ତ ରାଷ୍ଟ୍ରରେ (United Kingdom) ଏନଏଚଏସକୁ (NHS) ଏହାର ଏକ ଭାଏଲ ପିଛା ପ୍ରାୟ ୪ ପାଉଣ୍ଡ ଖର୍ଚ୍ଚ କରିବାକୁ ପଡ଼ୁଥିଲା । ଏହାର ଅପବ୍ୟବହାର ଅତି ସାଧାରଣ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଟୁଇଟର ( /ˈtwɪtər/) ଏକ ଅନଲାଇନ୍ ସୋସିଆଲ୍ ନେଟୱାର୍କିଙ୍ଗ୍ ସେବା ଯାହା ବ୍ୟବହାରକାରୀଙ୍କୁ ପରଷ୍ପର ସହ ୧୪୦-ଅକ୍ଷର ବିଶିଷ୍ଟ ସନ୍ଦେଶ ପଠାଇବାରେ ସାହାଯ୍ୟ କାରିଥାଏ । ଏହି ସନ୍ଦେଶ ଗୁଡିକୁ "ଟୁଇଟ୍" ବୋଲି କୁହାଯାଏ । ଏଥିରେ ପଞ୍ଜିକୃତ ହୋଇଥିବା ବ୍ୟକ୍ତି ମନେ ଟୁଇଟ୍ କରିପରିବେ ଏବଂ ନୁଆ ଟୁଇଟ୍ ପଢିପରିବେ । ପଞ୍ଜିକୃତ ହୋଇନଥିବା ବ୍ୟକ୍ତି ମନେ କେବଳ ନୁଆ ଟୁଇଟ୍ ପଢିପରିବେ । ଅଜିକାଲି ଲୋକମାନେ ମୋବାଇଲ୍, SMS କିମ୍ବା Web Interface ମଧ୍ୟମରେ ଟୁଇଟ୍ କରିପରୁଛନ୍ତି ଏବଂ ପଢିପରୁଛନ୍ତି । Twitter Inc.
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଗୁରୁଚରଣ ଟିକାୟତ (ଜନ୍ମ: ୨୫ ନଭେମ୍ବର ୧୯୪୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ଗୁରୁଚରଣ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୯୦ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ଗୁରୁଚରଣ ଧର୍ମଶାଳା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ଲସ ଏଞ୍ଜଲେସ ଲେକର୍ସ, ଲସ ଏଞ୍ଜଲେସ ସ୍ଥିତ ଏକ ଆମେରିକାର ପେଶାଦାର ବାସ୍କେଟବଲ ଖେଳର ଦଳ ଅଟେ । ପାସିଫିକ ଡିଭିଜନରେ ଲୀଗର ପଶ୍ଚୀମ ସମ୍ମୀଳନର ସଦସ୍ୟ ଋପେ ନ୍ୟାସନାଲ ବାସ୍କେଟବଲ ଆସୋସିଏସନ (ଏନ.ବି.ଏଲ.)ର ପ୍ରତିଯୋଗିତାରେ ଲେକର୍ସ ଖେଳ ଆରମ୍ଭ କରିଥିଲେ । ଲେକର୍ସ ଷ୍ଟେପଲ ସେଣ୍ଟରରେ ନିଜର ନିୟମିତ ଅଭ୍ଯାସ ଜାରି ରଖିଥା'ନ୍ତି । ଦି ଲେକର୍ସ ଏନ.ବି.ଏଲ.ର ଇତିହାସରେ ସବୁଠାରୁ ସଫଳ ଟୀମ ମାନଙ୍କ ମଧ୍ୟରୁ ଗୋଟିଏ ଅଟେ ଏବଂ ୧୬ଟି ଏନ.ବି.ଏଲ ଚ୍ୟାମ୍ପିଆନଶୀପ ଜିତି ସାରିଛନ୍ତି ଯାହା ବୋଷ୍ଟନ କେଲଟିକ୍ସ ପରେ ଦ୍ୱିତୀୟ ସ୍ଥାନରେ ରହିଛି ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ଅଖିଳ ମୋହନ ପଟ୍ଟନାୟକ ଜଣେ ଜଣାଶୁଣା ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ହଣ୍ଡ୍ରେଡ୍ ଆଇଲ୍ୟାଣ୍ଡ୍ ଜାତୀୟ ଉଦ୍ୟାନ
ହଣ୍ଡ୍ରେଡ୍ ଆଇଲ୍ୟାଣ୍ଡ୍ ଜାତୀୟ ଉଦ୍ୟାନ ବା ଶତ ଦ୍ଵୀପ ଜାତୀୟ ଉଦ୍ୟାନ (ଇଂରାଜୀରେ Hundred Islands National Park, ସ୍ଥାନୀୟ ଭାଷାରେ କାପୁଲୋ ପୁଲୋନ୍ ବା ତେତେ ବେକ୍ସ) ଉତ୍ତର ଫିଲିପାଇନ୍ସରେ ସ୍ଥିତ ଏକ ଜାତୀୟ ଉଦ୍ୟାନ ଓ ସଂରକ୍ଷିତ ଅଞ୍ଚଳ । ପାଙ୍ଗାସିନାନର ଉକ୍ତ ପ୍ରଥମ ଜାତୀୟ ଉଦ୍ୟାନ ଶତାଧିକ ଦ୍ଵୀପ ଖଣ୍ଡକୁ ନେଇ ଗଠିତ । ସମୁଦ୍ରରେ ଉଚ୍ଚ ଜୁଆର ଥିଲେ ଏଠାରେ ୧୨୩ଟି ଓ ନିମ୍ନ ଜୁଆର ଥିଲେ ୧୨୪ଟି ଦ୍ଵୀପ ଖଣ୍ଡ ଦେଖିବାକୁ ମିଳନ୍ତି । ଏହି ଦ୍ଵୀପ ଖଣ୍ଡଗୁଡ଼ିକ ଲିଙ୍ଗାୟେନ୍ ଉପସାଗରର ୧୬.୭୬ ବର୍ଗ କିଲୋମିଟର୍ ଅଞ୍ଚଳରେ ବିଚ୍ଛୁରିତ ହୋଇ ରହିଛନ୍ତି । ଏହି ସମସ୍ତ ଦ୍ଵୀପ ଖଣ୍ଡ ମଧ୍ୟରୁ କେବଳ ଗଭର୍ଣ୍ଣର୍ ଦ୍ଵୀପ, କ୍ୟୁଜନ୍ ଦ୍ଵୀପ ଓ ଚିଲ୍ରେନ୍ସ ଦ୍ଵୀପ ପର୍ଯ୍ୟଟକଙ୍କ ପାଇଁ ବିକଶିତ ହୋଇପାରିଛି ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ୱତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହାଦ୍ୱାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ୱ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି ।
ଭାରତର ସଂସ୍କୃତି, ବହୁ ଉପାଦାନରେ ଗଢ଼ା, ଯେଉଁଥିରେ ଭାରତର ଦୀର୍ଘ ଇତିହାସ , ଅଦ୍ୱିତୀୟ ଭୂଗୋଳ ଏବଂ ସିନ୍ଧୁ-ଘାଟୀର ପ୍ରାଚୀନ ସଭ୍ୟତା ସାମିଲ । ଏହାଛଡ଼ା ବୈଦିକ ଯୁଗରେ ପ୍ରଭାବ , ଭାରତରେ ବୌଦ୍ଧ ଧର୍ମ , ସ୍ୱର୍ଣ୍ଣ ଯୁଗର ଆରମ୍ଭ ଏବଂ ତାହାର ଅସ୍ତଗମନ ସହିତ ଆମର ନିଜ ପ୍ରାଚୀନ ସାମ୍ରାଜ୍ୟ ମଧ୍ୟ ସାମିଲ ହୋଇଛି । ଏହା ସହିତ ପଡୋଶୀ ଦେଶର ଚାଲିଚଳନ , ପରମ୍ପରା ଏବଂ ବିଚାରର ମଧ୍ୟ ଏଥିରେ ସମାବେଶ ହୋଇଛି । ପାଞ୍ଚ ହଜାର ବର୍ଷ ପୂର୍ବରୁ ଅଧିକ ସମୟରେ ଭାରତର ରୀତି ନିତି , ଭାଷା , ପ୍ରଥା ଏବଂ ପରମ୍ପରା ପରସ୍ପର ସମ୍ବନ୍ଧରେ ମହାନ ବିବିଧତାର ଏକ ଅଦ୍ୱିତୀୟ ଉଦାହରଣ ଦେଇଥାଏ । ଭାରତ ବହୁ ଧାର୍ମିକ ପ୍ରଣାଳୀ (religious systems), ଯେପରି ହିନ୍ଦୁ ଧର୍ମ , ଜୈନ ଧର୍ମ , ବୌଦ୍ଧ ଧର୍ମ ଏବଂ ଶିଖ ଧର୍ମ ପରି ଧର୍ମ ମାନଙ୍କର ଜନକ ଅଟେ । ଏହି ମିଶ୍ରଣରେ ଭାରତରେ ଉତ୍ପନ୍ନ ହେଉଥିବା ବିଭିନ୍ନ ଧର୍ମ ଏବଂ ପରମ୍ପରା ବିଶ୍ୱର ଅଲଗା-ଅଲଗା ଅଂଶକୁ ମଧ୍ୟ ବହୁ ପ୍ରଭାବିତ କରିପାରିଛି ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ସୁରମା ପାଢ଼ୀ (ଜନ୍ମ: ୨୯ ଡିସେମ୍ବର ୧୯୬୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟି ରାଜନୈତିକ ଦଳ ସହ ସଂପୃକ୍ତ ଅଛନ୍ତି । ସୁରମା ଓଡ଼ିଶା ବିଧାନ ସଭାକୁ ଜଣେ ବିଧାୟିକା ଭାବରେ ନିର୍ବାଚିତ ହୋଇଥିଲେ । ୨୦୦୪ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଚିନ୍ତାର ଗଭୀରତା ଓ ବ୍ୟାପକତା କିପରି ମଣିଷ ସମାଜକୁ ପ୍ରଭାବିତ କରେ, ପ୍ରସିଦ୍ଧ ଗ୍ରୀକ ବୈଜ୍ଞାନିକ ଓ ଦାର୍ଶନିକ ଆରିଷ୍ଟୋଟଲଙ୍କ ଜୀବନୀରୁ ତାହା ସହଜରେ ପ୍ରମାଣିତ ହୁଏ । ତାଙ୍କ ଚିନ୍ତା ଓ ବିଶ୍ଳେଷଣ, ସମଗ୍ର ମାନବ ସମାଜ ଉପରେ ପ୍ରାୟ ୧୫୦୦ ବର୍ଷ ଧରି ପ୍ରଭାବ ବିସ୍ତାର କରିଥିଲା । ସେ ତାଙ୍କ ଜୀବନ କାଳ ମଧ୍ୟରେ ଅନେକ ବିକ୍ଷିପ୍ତ ବିଷୟରେ ବହୁତ ଉପାଦେୟ ପୁସ୍ତକ ରଚନା କରିଯାଇଛନ୍ତି , ଆଜି ତାହା କଳ୍ପନାତୀତ ।
କମଳା ଦାସ (ଜନ୍ମ: ୧୬ ଅଗଷ୍ଟ ୧୯୪୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଜନତା ଦଳର ଜଣେ କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ, ମାତ୍ର ପରବର୍ତ୍ତୀ ସମୟରେ ବିଜୁ ଜନତା ଦଳର ଗଠନ ପରେ ସେ ବିଜେଡ଼ିରେ ଯୋଗ ଦେଇଥିଲେ ଏବଂ ପରେ ବିଜେଡ଼ି ଛାଡ଼ି ଭାରତୀୟ ଜାତୀୟ କଂଗ୍ରେସରେ ଯୋଗ ଦେଇଥିଲେ ଓ ୨୦୧୪ ମସିହାରେ ପୁଣି କଂଗ୍ରେସ ଛାଡ଼ି ବିଜେଡ଼ିରେ ଯୋଗ ଦେଇଥିଲେ । କମଳା ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟିକା ଭାବରେ କାର୍ଯ୍ୟ କରିବା ସହ ଜଣେ ମନ୍ତ୍ରୀ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ ।କମଳା ୧୯୯୦ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଜନତା ଦଳର ପ୍ରତିନିଧି ଭାବରେ ନିର୍ବାଚନରେ ବିଜୟୀ ହୋଇ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହାପରେ ସେ ୧୯୯୫ ଓଡ଼ିଶା ବିଧାନ ସଭା ନିର୍ବାଚନରେ ପୁଣିଥରେ ଜନତା ଦଳର ପ୍ରତିନିଧି ଭାବରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ବିଜୟୀ ହୋଇ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ପରେ ସେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ୨୦୦୦ ମସିହାରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀ ଆସନରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।କମଳା ୧୦ମ ଓଡ଼ିଶା ବିଧାନ ସଭାରେ ବିଜୁ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ୧୯୯୦ରୁ ୧୯୯୫ ଯାଏଁ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ଏବଂ ପୁଣିଥରେ ୧୨ଶ ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ଜଣେ ମନ୍ତ୍ରୀ ଭାବରେ ୨୦୦୦ ମସିହାରୁ ୨୦୦୧ ମସିହାଯାଏଁ କାର୍ଯ୍ୟ କରିଥିଲେ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ବିଜୟ ମିଶ୍ର (ଜନ୍ମ ୧୬ଜୁଲାଇ ୧୯୩୬) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଛନ୍ତି । ଶ୍ରୀ ମିଶ୍ର, ଏଯାବତ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିସାରିଛନ୍ତି । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନ ପାଇଁ ମନୋନୀତ ହୋଇଛନ୍ତି ।
୧୮୧୭ ମସିହାରେ ଇଂରେଜ ସରକାର ବିରୁଦ୍ଧରେ ଓଡ଼ିଶାରେ ପ୍ରଥମ ବିଦ୍ରୋହ ହୋଇଥିଲା , ଯାହାର ନାମ ପାଇକ ବିଦ୍ରୋହ ବା ଖୋର୍ଦ୍ଧା ବିଦ୍ରୋହ । ଏହାକୁ ପାଇକ ବିଦ୍ରୋହ କୁହାଯାଉଥିଲେହେଁ ପ୍ରକୃତରେ ଏହା ଥିଲା ଭାରତର ପହିଲି ସ୍ୱାଧୀନତା ଲଢ଼େଇ । ଏହାର ନେତୃତ୍ୱ ନେଇଥିଲେ ସଂଗ୍ରାମ ବୀର ବକ୍ସି ଜଗବନ୍ଧୁ ବିଦ୍ୟାଧର ମହାପାତ୍ର ଭ୍ରମରବର ରାୟ । ନିଜର ଯୋଗ୍ୟତା ବଳରେ ସେ ଖୋର୍ଦ୍ଧା ରାଜାଙ୍କର ସେନାପତି ହୋଇପାରିଥିଲେ । ପାଇକ ସର୍ଦାରମାନଙ୍କର ସମ୍ମିଳିତ ସହଯୋଗରେ ୧୮୧୭ ମସିହାରେ ସେ ପାଇକ ବିଦ୍ରୋହର ନେତୃତ୍ୱ ନେଇଥିଲେ । ଇଂରେଜମାନଙ୍କର କଠୋର ଦମନ ନୀତି ସତ୍ତ୍ୱେ ବକ୍ସିଙ୍କ ବୀରତ୍ୱ ଓ ପାଇକମାନଙ୍କର ମିଳିତ ସଂଘର୍ଷ ଯୋଗୁଁ ବିଦ୍ରୋହ ଦମନ କରିବା ସହଜ ହୋଇନଥିଲା । ଦୀର୍ଘଦିନ ଧରି ସଂଗ୍ରାମ ଚାଲୁ ରଖିବାପରେ ଅନେକ ପାଇକ ସର୍ଦାର ଧରାପଡ଼ି ଦ୍ୱୀପାନ୍ତର ଦଣ୍ଡ ଭୋଗିଥିଲେ । ବହୁଦିନ ଜଙ୍ଗଲରେ ଲୁଚି ସଂର୍ଘଷ କରିବା ପରେ ବକ୍ସି ନିଜେ ଆତ୍ମ ସମର୍ପଣ କରିଥିଲେ ।
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ୱବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନ ଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବ ଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ସୋହାନା ସାବା ଜଣେ ବଙ୍ଗଳାଦେଶୀ ଅଭିନେତ୍ରୀ, ମଡେଲ ତଥା ନର୍ତ୍ତକୀ, ଯିଏକି ମୁଖ୍ୟତଃ ବଙ୍ଗଳାଦେଶୀ ଦୂରଦର୍ଶନ ଏବଂ ବଙ୍ଗଳାଦେଶୀ କଥାଚିତ୍ର ଜଗତରେ କାର୍ଯ୍ୟ କରନ୍ତି । ବଙ୍ଗଳାଦେଶର ଢାକାଠାରେ ଜନ୍ମିତ ସୋହାନା ଜଣେ ନର୍ତ୍ତକୀ ଭାବରେ ତାଙ୍କର କାର୍ଯ୍ୟ ଆରମ୍ଭ କରିଥିଲେ ଏବଂ ପରେ ଜଣେ ମଡେଲ ଭାବରେ ବିଭିନ୍ନ ବିଜ୍ଞାପନରେ କାର୍ଯ୍ୟ କରିଥିଲେ । ଏହାପରେ ସେ ବଙ୍ଗଳାଦେଶୀ ଦୂରଦର୍ଶନ ଧାରାବାହିକରେ କାର୍ଯ୍ୟ କରିଥିଲେ ଏବଂ ଶେଷରେ ୨୦୦୬ ମସିହାରେ ସେ ବଙ୍ଗଳାଦେଶୀ ଚଳଚ୍ଚିତ୍ର ଆଇନାରେ ଜରିଆରେ ବଙ୍ଗଳାଦେଶୀ କଥାଚିତ୍ର ଜଗତରେ କାର୍ଯ୍ୟ କରିବା ଆରମ୍ଭ କରିଥିଲେ, ଯାହା ପାଇଁ ସେ ମରିଲୋ ପ୍ରଥମ ଆଲୋ ଆୱାର୍ଡ଼ରେ ଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର ପାଇଥିଲେ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ପ୍ରମିଳା ମଲ୍ଲିକ (ଜନ୍ମ: ୪ ମାର୍ଚ୍ଚ ୧୯୬୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ୧୯୯୦ ମସିହାରେ ସେ ଓଡ଼ିଶା ବିଧାନ ସଭାର ୧୦ମ ସଭାକୁ ଜନତା ଦଳର ପ୍ରତିନିଧି ଭାବରେ ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ପ୍ରଥମ ଥର ପାଇଁ ନିର୍ବାଚିତ ହୋଇଥିଲେ । ପରବର୍ତ୍ତୀ ସମୟରେ ସେ ପୁଣିଥରେ ୨୦୦୦ ମସିହା ଓଡ଼ିଶା ସାଧାରଣ ନିର୍ବାଚନରେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ସେହି ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ଏହାପରେ ସେ ଲଗାତାର ୨୦୦୪ ମସିହାରେ ୧୩ଶ, ୨୦୦୯ ମସିହାରେ ୧୪ଶ ଏବଂ ୨୦୧୪ ମିସିହାରେ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ପ୍ରମିଳା ପ୍ରଥମଥର ପାଇଁ ୨୦୦୪ ମସିହାରେ ୧୩ଶ ଓଡ଼ିଶା ବିଧାନ ସଭାର ମନ୍ତ୍ରୀମଣ୍ଡଳରେ ମନ୍ତ୍ରୀ ହୋଇଥିଲେ । ସେ ମହିଳା ଓ ଶିଶୁ ବିକାଶ ବିଭାଗର ମନ୍ତ୍ରୀ ଥିଲେ ।
କ୍ରିସ୍ମସ୍ ଟ୍ରି ବା କ୍ରିସ୍ମସ୍ ଗଛ ବା ବଡ଼ଦିନ ଗଛ (ଇଂରାଜୀରେ Christmas tree) ଏକ କୋନାକାର ଗଛ ଯାହାକୁ ବଡ଼ଦିନ ଉପଲକ୍ଷେ ଖ୍ରୀଷ୍ଟ ଧର୍ମାବଲମ୍ୱୀମାନେ ସୁସଜ୍ଜିତ କରିଥାନ୍ତି । ପାଇନ୍ ଜାତୀୟ କୌଣସି ଗଛର ଅଂଶ ବା କୃତ୍ରିମ ଗଛକୁ ବଡ଼ଦିନ ଉପଲକ୍ଷେ ସଜାଇବାର ପ୍ରଥା ଉତ୍ତର ୟୁରୋପରୁ ଆରମ୍ଭ ହୋଇଥିଲା । ମଧ୍ୟଯୁଗୀୟ ଲିଭୋନିଆରେ (ବର୍ତ୍ତମାନ ସମୟର ଇଷ୍ଟୋନିଆ ଓ ଲାଟ୍ଭିଆ) ଏହି ପ୍ରଥା ଜନ୍ମ ହୋଇଥିଲା ଏବଂ ଆଧୁନିକ ଯୁଗର ପ୍ରାରମ୍ଭରୁ ଜର୍ମାନୀର ପ୍ରୋଟେଷ୍ଟାଣ୍ଟ୍ ଖ୍ରୀଷ୍ଟିୟାନ୍ମାନେ ଏହି ସଜ୍ଜିତ ଗଛ ଘରକୁ ଆଣୁଥିଲେ ବା ଗଛକୁ ଘରକୁ ଆଣି ସଜାଉଥିଲେ । ପରେ ଏହି ପ୍ରଥାର ଲୋକପ୍ରିୟତା ଜର୍ମାନୀର ଲୁଥେରାନ୍ ଅଞ୍ଚଳକୁ ଅତିକ୍ରମ କରି ଅନ୍ୟ ପ୍ରାନ୍ତକୁ ବ୍ୟାପି ଯାଇଥିଲା । କ୍ରମଶଃ ଉନବିଂଶ ଶତାବ୍ଦୀର ଦ୍ୱିତୀୟାର୍ଦ୍ଧରେ ବଲ୍ଟିକ୍ ସାଗରତଟସ୍ଥ ଦେଶଗୁଡ଼ିକର ସମ୍ଭ୍ରାନ୍ତ ପରିବାରମାନଙ୍କରେ କ୍ରିସ୍ମସ୍ ଗଛ ପ୍ରଥା ପ୍ରଚଳିତ ହେବାକୁ ଲାଗିଲା ।ପାରମ୍ପରିକ ଭାବେ କ୍ରିସ୍ମସ୍ ଗଛକୁ କାଗଜର ଗୋଲାପ ଫୁଲ, ସେଓ ଫଳ, ୱେଫର୍, ଚକମକିଆ ଝରା ବା ଝାଲେରୀ ଓ ମିଷ୍ଟାନ୍ନ ଇତ୍ୟାଦିଦ୍ୱାରା ସଜାଇବାର ପ୍ରଥା ରହିଛି । ଅଷ୍ଟଦଶ ଶତାବ୍ଦୀରେ କ୍ରିସ୍ମସ୍ ଗଛକୁ ମହମବତୀ ଓ ଦୀପର ଆଲୋକମାଳାରେ ଏବଂ ଅଧୁନା ବିଦ୍ୟୁତ୍ ଆଲୋକମାଳାରେ ସୁସଜ୍ଜିତ କରାଯାଉଛି । ବର୍ତ୍ତମାନ ସମୟରେ ଏହି ଗଛଗୁଡ଼ିକୁ ନୂତନ ବଡ଼ଦିନ ମାଳା, ରଙ୍ଗବେରଙ୍ଗ ବଲ୍ ଓ ଚକୋଲେଟ୍ ଇତ୍ୟାଦିଦ୍ୱାରା ମଧ୍ୟ ସଜାଯାଉଛି । ଗଛର ସର୍ବୋଚ୍ଚ ଭାଗରେ ଏକ ପ୍ରଜ୍ଜ୍ୱଳମାନ ତାରକା ଖଚିତ ହୋଇଥାଏ, ଯାହା ଯୀଶୁଖ୍ରୀଷ୍ଟଙ୍କ ଜନ୍ମ ବୃତ୍ତାନ୍ତ କାହାଣୀର ଜଣେ ଚରିତ୍ର ବେଥ୍ଲେହେମ୍ ତାରକାର ଦେବଦୂତ (ଏଞ୍ଜେଲ୍) ଗାବ୍ରିଏଲ୍ଙ୍କ ସୂଚକ । ରିବନ୍ ଫିତା ସାହାଯ୍ୟରେ କ୍ରିସ୍ମସ୍ ଗଛର ଡାଳରୁ ଜିଞ୍ଜର୍ ବ୍ରେଡ଼୍ (ଅଦା ପାଉଁରୁଟି), ଚକୋଲେଟ୍ ଓ ଅନ୍ୟାନ୍ୟ ମିଷ୍ଟାନ୍ନ ଇଦ୍ୟାଦି ଖାଦ୍ୟ ପଦାର୍ଥ ଝୁଲାଇ ଦିଆଯାଏ ।
କାଳୀଚରଣ ପଟ୍ଟନାୟକ ଜଣେ ଆଧୁନିକ ଓଡ଼ିଆ ନାଟ୍ୟକାର, ଗୀତିକାର, କବି, ସଙ୍ଗୀତଜ୍ଞ ଓ ନୃତ୍ୟ ବିଶାରଦ ଥିଲେ । କାଳୀଚରଣ ପାରମ୍ପରିକ ଲୀଳା ନାଟକ ପ୍ରଦର୍ଶନ କରି ନିଜର ନାଟ୍ୟକାର ଜୀବନ ଅରମ୍ଭ କରିଥିଲେ । ୪ର୍ଥ ଦଶକ ବେଳକୁ ସେ ଆଧୁନିକ ମଞ୍ଚ ନାଟକ ଲେଖି ତାହାର ବିପଣନ କରିବା ଆରମ୍ଭ କରିଥିଲେ । ସେଥିପାଇଁ ୧୯୨୯ ମସିହାରେ "ସାକ୍ଷୀଗୋପାଳ ନାଟକ ସଂଘ' ଓ ୧୯୩୯ରେ "ଓଡ଼ିଶା ଥିଏଟର୍ସ' ନାମରେ ଏକ ରଙ୍ଗମଞ୍ଚ ଗଠନ କରି ଓଡ଼ିଶା ନାଟକାଭିନୟ ଜଗତର ପ୍ରସାର ଓ ଉନ୍ନତି କରିଥିଲେ । ତାଙ୍କର ଜନପ୍ରିୟ ନାଟକ ଗାର୍ଲ ସ୍କୁଲ (୧୯୩୯) ଓଡ଼ିଆ ମଞ୍ଚାଭିନୟରେ ନୂତନ ଯୁଗର ଆରମ୍ଭ କରିଥିଲା । ତାଙ୍କୁ ଆଧୁନିକ ଓଡ଼ିଆ ନାଟ୍ୟଶାସ୍ତ୍ରର ‘ଭରତମୁନି’ ବୋଲି ମଧ୍ୟ କୁହାଯାଏ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
କାଙ୍ଗାଳି ଚରଣ ଜେନା (ଜନ୍ମ: ୨୭ ଅକ୍ଟୋବର ୧୯୪୪) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । କାଙ୍ଗାଳି ଚରଣ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି । ୧୯୮୦ ଓ ୧୯୮୫ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ କାଙ୍ଗାଳି ଚରଣ ଧର୍ମଶାଳା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମ ୮ମ ଓ ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।