ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ନୀଳଗିରି (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ନୀଳଗିରି (କ୍ରମିକ ସଂଖ୍ୟା: ୪୦) ବାଲେଶ୍ୱର ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ସୁରମା ପାଢ଼ୀ (ଜନ୍ମ: ୨୯ ଡିସେମ୍ବର ୧୯୬୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟି ରାଜନୈତିକ ଦଳ ସହ ସଂପୃକ୍ତ ଅଛନ୍ତି । ସୁରମା ଓଡ଼ିଶା ବିଧାନ ସଭାକୁ ଜଣେ ବିଧାୟିକା ଭାବରେ ନିର୍ବାଚିତ ହୋଇଥିଲେ । ୨୦୦୪ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଭାରତୀୟ ସାଧାରଣ ନିର୍ବାଚନ ୧୭ତମ ଲୋକ ସଭା ସଦସ୍ୟମାନଙ୍କୁ ନିର୍ବାଚିତ କରିବାକୁ ୨୦୧୯ ମସିହା ଅପ୍ରେଲ ମାସ ୧୧ ତାରିଖରୁ ଆରମ୍ଭ କରି ମଇ ମାସ ୧୯ ତାରିଖ ପର୍ଯ୍ୟନ୍ତ ସାତଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ । ମଇ ମାସ ୨୩ ତାରିଖରେ ଭୋଟ ଗଣନା ହୋଇ ଫଳାଫଳ ପ୍ରକାଶ ପାଇବ ।ବିଧାନ ସଭା ନିର୍ବାଚନ ମଧ୍ୟ ନିମ୍ନୋକ୍ତ ରାଜ୍ୟଗୁଡ଼ିକରେ ଏହି ସମୟରେ ଏକା ସାଙ୍ଗରେ ହେବ: ଆନ୍ଧ୍ର ପ୍ରଦେଶ, ଅରୁଣାଞ୍ଚଳ ପ୍ରଦେଶ, ଓଡ଼ିଶା, ଜମ୍ମୁ ଓ କାଶ୍ମୀର ଏବଂ ସିକ୍କିମ । ଓଡ଼ିଶାରେ ଚାରୋଟି ପର୍ଯ୍ୟାୟରେ ୧୧, ୧୮, ୨୩ ଏବଂ ୨୯ ଅପ୍ରେଲ ମାସରେ ନିର୍ବାଚନ ହେବ ।
ୱିଲିଅମ୍ ସେକ୍ସପିଅର ଜଣେ ଇଂରେଜ କବି, ନାଟ୍ୟକାର ଓ ଅଭିନେତା ଥିଲେ । ଇଂରାଜୀ ଭାଷାର ଶ୍ରେଷ୍ଠତମ ଲେଖକ ଭାବେ ସେ ପରିଗଣିତ । "ବାର୍ଡ୍ ଅଫ୍ ଏଭୋନ୍" (ଏଭୋନର ଗୀତି କବି) ନାମରେ ପ୍ରସିଦ୍ଧ ଏହି ମହାକବିଙ୍କୁ ଇଂଲଣ୍ଡର ଜାତୀୟ କବି ବୋଲି ମଧ୍ୟ ଗ୍ରହଣ କରାଯାଏ । ତାଙ୍କ ରଚନା ସବୁ ମଧ୍ୟରେ ୩୮ଟି ନାଟକ, ୧୫୪ ସନେଟ, ଦୁଇଟି ଦୀର୍ଘ କବିତା ଓ କେତୋଟି କ୍ଷୁଦ୍ର ଧାଡି କବିତା ଅନ୍ତର୍ଭୁକ୍ତ । ତାଙ୍କ ନାଟକ ସବୁ ଅନେକ ଭାଷାରେ ଅନୂଦିତ ହୋଇଛି ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଗୋପୀନାଥ ଦାସ (୧୭ ଜାନୁଆରୀ ୧୯୧୫ - ୧ ସେପ୍ଟେମ୍ବର ୧୯୯୪) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରଜନୀତିରେ ଭାରତୀୟ ଜାତୀୟ କଂଗ୍ରେସ ଓ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୭୭ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଶିମୂଳିଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୭ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଉତ୍ସବ ଚରଣ ଜେନା (ମୃତ୍ୟୁ: ୧ ଡିସେମ୍ବର ୨୦୦୭) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରଜନୀତିରେ ପ୍ରଜା ସୋସଲିଷ୍ଟ ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୬୭ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଶିମୂଳିଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଶୈଳବାଳା ଦାସ, (ଶୈଳବାଳା ହାଜରା୧୮୭୫-୧୯୬୮) ଜଣେ ସମାଜସେବୀ ଥିଲେ । ଓଡ଼ିଶାରେ ନାରୀ ଶିକ୍ଷା ପ୍ରସାରରେ ତାଙ୍କର ମୁଖ୍ୟ ଭୂମିକା ଥିଲା।ମଧୁସୂଦନ ଦାସ ତାଙ୍କୁ ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରିଥିଲେ । ସେ କଂଗ୍ରେସ ପ୍ରାର୍ଥୀ ଭାବେ ନିର୍ବାଚିତ ହୋଇ ୦୩ ଅପ୍ରେଲ ୧୯୫୨ରୁ ୦୨ ଅପ୍ରେଲ ୧୯୫୪ ପର୍ଯ୍ୟନ୍ତ ରାଜ୍ୟ ସଭାର ସଭ୍ୟ ଭାବେ କାର୍ଯ୍ୟ କରିଥିଲେ । ଶୈଳବାଳା ମହିଳା ମହାବିଦ୍ୟାଳୟ ତାଙ୍କରି ନାମରେ ନାମିତ ହୋଇଅଛି । ୧୮୯୨ରେ ମଧୁସୂଦନ ବିଧିବଦ୍ଧ ଭାବେ ଶୈଳବାଳାଙ୍କୁ ପାଳିତ କନ୍ୟାଭାବେ ଗ୍ରହଣ କରିଥିଲେ ।୧୯୫୯ରେ ସମାଜସେବାରେ ବିଶେଷ ଅବଦାନ ପାଇଁ ଭାରତ ସରକାରଙ୍କ ତୃତୀୟ ସର୍ବୋଚ୍ଚ ବେସାମରିକ ସମ୍ମାନ "ପଦ୍ମଶ୍ରୀ" ମିଳିଥିଲା ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ମୟୂରଭଞ୍ଜ (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'ମୟୂରଭଞ୍ଜ' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଅନୁସୂଚିତ ଜନଜାତି ପ୍ରାର୍ଥୀଙ୍କ ନିମନ୍ତେ ସଂରକ୍ଷିତ ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ବଂଶୀଧର ପଣ୍ଡା, (୨୬ ନଭେମ୍ବର ୧୯୩୨- ୨୨ ମଇ ୨୦୧୮) ଇମ୍ଫାର ପ୍ରତିଷ୍ଠାତା ଅଧ୍ୟକ୍ଷ ଥିଲେ । ଓଡ଼ିଶାର ଶିଳ୍ପବିକାଶ କ୍ଷେତ୍ରରେ ତାଙ୍କର ପ୍ରମୁଖ ଭୂମିକା ରହିଥିଲା । ବିଜୁ ପଟ୍ଟନାୟକଙ୍କ ସହିତ ତାଙ୍କର ଘନିଷ୍ଟ ବନ୍ଧୁତା ରହିଥିଲା । ବିଜୁ ବାବୁ ୧୯୬୧ ମସିହାରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ହେବା ପରେ, ଓଡ଼ିଶାରେ ଶିଳ୍ପ ପ୍ରତିଷ୍ଠା କରିବା ପାଇଁ ବଂଶୀଧର ବାବୁଙ୍କୁ ନିମନ୍ତ୍ରଣ କରିଥିଲେ । ସେତେବେଳେ, ବଂଶୀଧର ଯୁକ୍ତରାଷ୍ଟ୍ର ଆମେରିକାର ନାସାରେ ଜଣେ ବୈଜ୍ଞାନିକ ଭାବରେ କାର୍ଯ୍ୟରତ ଥିଲେ । ଶିଳ୍ପସମୃଦ୍ଧ ଓଡ଼ିଶାର ସ୍ୱପ୍ନ ଦେଖିଥିବା ବଂଶୀଧର, ବିଜୁ ବାବୁଙ୍କ ନିମନ୍ତ୍ରଣ ରକ୍ଷାକରି, ନିଜ ଚାକିରୀ ଛାଡି ଓଡ଼ିଶା ଫେରିଆସିଥିଲେ ଓ ୧୯୬୧ ମସିହାରେ ଅବିଭକ୍ତ କୋରାପୁଟ ଜିଲ୍ଲାର(ବର୍ତ୍ତମାନ ରାୟଗଡ଼ା ଜିଲ୍ଲା) ଥେରୁବାଲିଠାରେ ଇମ୍ଫା ପ୍ରତିଷ୍ଠା କରିଥିଲେ । ବିଜୁ ବାବୁଙ୍କ କଳିଙ୍ଗ ଟ୍ୟୁବ୍ସ ପରେ, ଇମ୍ଫା ଓଡ଼ିଶାର ନିଜସ୍ୱ ପ୍ରଯୁକ୍ତିରେ ନିର୍ମିତ ଦ୍ୱିତୀୟ ବୃହତ ଶିଳ୍ପର ମାନ୍ୟତା ପାଇଥିଲା । ଇମ୍ଫା ବହୁ ଲୋକଙ୍କୁ ନିଯୁକ୍ତି ପ୍ରଦାନ କରିବା ସହିତ, ପାରିପାର୍ଶ୍ୱର ବହୁ ଲୋକଙ୍କ ଜୀବନମାନରେ ଉନ୍ନତି ଆଣିବାରେ ସକ୍ଷମ ହୋଇପାରିଥିଲା । ବଂଶୀଧର "ଉତ୍କଳ ଚାମ୍ବର ଅଫ କମର୍ସ", "ଏନ ଆଇଟି ରାଉରକେଲା ପରିଚାଳନା ସମିତି", "ଆଇ ଆଇଟି ଖଡ଼ଗପୁର ପରିଚାଳନା ସମିତି"ର ଅଧ୍ୟକ୍ଷ ଏବଂ "ଆଇ ଆଇ ଏମ କଲିକତା ପରିଚାଳନା ସମିତି"ର ସଦସ୍ୟ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ ।ବଂଶୀଧର ବାବୁ କେବଳ ଜଣେ ଶିଳ୍ପପତି ନହୋଇ, ସମାଜର ଅନଗ୍ରସର ବର୍ଗର କଲ୍ୟାଣ ନିମନ୍ତେ ଚେଷ୍ଟିତ ଥିଲେ । ୨୦୧୧ରେ 'ବଂଶୀଧର ଇଲା ପଣ୍ଡା ଫାଉଣ୍ଡେସନ' ପ୍ରତିଷ୍ଠାକରି ସେ ଏ ଦିଗରେ କାର୍ଯ୍ୟକରୁଥିଲେ । ତାଙ୍କ ପୃଷ୍ଟପୋଷକତାରେ ପ୍ରତିବର୍ଷ ଶାରଳା ପୁରସ୍କାର, ଏକଲବ୍ୟ ପୁରସ୍କାର ଆଦି ମଧ୍ୟ ପ୍ରଦାନ କରାଯାଇଥାଏ ।
ରୁଦ୍ର ପାଣିଗ୍ରାହୀ, ଜଣେ ଓଡ଼ିଆ କଥାଚିତ୍ର ଅଭିନେତା । ସେ ୨୦୧୧ ମସିହାରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ୨୦୧୧ ମସିହାରେ ସେ ନାରାୟଣ ଘଡ଼େଇଙ୍କ ନିର୍ଦ୍ଦେଶିତ ଓଡ଼ିଆ କଥାଚିତ୍ର ମନେ ରହିବ ଏ ପ୍ରେମ କାହାଣୀ ଜରିଆରେ ସେ ଓଡ଼ିଆ କଥାଚିତ୍ର ଜଗତରେ ପ୍ରବେଶ କରିଥିଲେ । ରୁଦ୍ର ୨୦୧୭ ମସିହାରେ ତରଙ୍ଗ ଟିଭିରେ ପ୍ରସାରିତ କାର୍ଯ୍ୟକ୍ରମ ଜୀନାର ଜୀବନସାଥୀରେ ଭାଗ ନେଇଥିଲେ ଏବଂ ସେ ଜୀନାଙ୍କୁ ବିବାହ କରିଥିଲେ ।
ଲିନକ୍ସ (ଇଂରାଜୀ:linux) ଅଧିକାଂଶ କ୍ଷେତ୍ରରେ ଇଉନିକ୍ସ(UNIX) ପରି ମନେହୁଏ ଓ ଇଉନିକ୍ସ ପରି ଦେଖାଯାଏ । କିନ୍ତୁ ଲିନକ୍ସ , ଇଉନିକ୍ସ ଅପେକ୍ଷା ନୂଆ ଅଟେ । ଏହାର ଗଠନ ଆରମ୍ଭ ହେଲା ୧୯୯୧ରେ , ଯେତେବେଳେ ଜଣେ ଫିନ୍ (Finnish) ଛାତ୍ର "ଲିନସ ଟରୱାଲଡସ୍" (Linus Torvalds) ଲିନକ୍ସର ଲେଖା ଆରମ୍ଭ କଲେ, ୮୦୩୮୬ ପ୍ରୋସେସର ପାଇଁ ଏକ ଛୋଟିଆ କର୍ନେଲ(Kernel) ଟିଏ ।ବିକାଶର ପ୍ରାରମ୍ଭରୁ ହିଁ , ଲିନକ୍ସର ସୋର୍ସ୍ କୋଡ୍(Sorce Code) ମାଗଣାରେ ଇଣ୍ଟର୍ନେଟରେ ଉପଲବ୍ଧ ହେଉଥିଲା । ତଦ୍ଦ୍ୱାରା ଲିନକ୍ସର ଇତିହାସକୁ ସାରା ବିଶ୍ୱର ବ୍ୟବହାରକାରୀ ପରିପୃଷ୍ଠ କରି ଚାଲିଲେ । ପ୍ରଥମ କର୍ନେଲ, ଯେଉଁଥିରେ ଇଉନିକ୍ସ ସିଷ୍ଟମର ଅଳ୍ପ କିଛି ଅଂଶ ବ୍ୟବହାର କରଯାଇଥିଲା, କ୍ରମେ ଏହା ଇଉନିକ୍ସର ଅନ୍ୟାନ୍ୟ ବହୁତ ବିଭାଗକୁ ମିଶାଇ ଚାଲିଲା ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ୱାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ୱାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଭାରତର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ
ଭାରତ ଏକ ସଂଗଠିତ ଗଣରାଜ୍ୟ ଏହା ଅଣତିରିଶିଟି ରାଜ୍ୟ ଓ ସାତଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭାଜିତ ହୋଇଛି । ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପୁନର୍ବାର ଜିଲ୍ଲା ଆଦିରେ ଉପବିଭାଜିତ ହୋଇଛନ୍ତି ।.
କ୍ଲାଉଡ଼ ଟେକ୍ନୋଲୋଜି ଏକ ଇଣ୍ଟରନେଟଦ୍ୱାରା ପ୍ରଚଳିତ ଟେକ୍ନୋଲୋଜି । ଏହାକୁ ଅନ୍ ଡିମାଣ୍ଡ କମ୍ପ୍ୟୁଟିଙ୍ଗ ମଧ୍ୟ କୁହାଯାଏ । ଏଠାରେ ଡାଟା ଓ ରିସୋରସ୍ ଗୁଡିକ ଏକ ଗ୍ରୁପ୍ ମଧ୍ୟରେ ଯୋଡି ହୋଇଥିବା କମ୍ପୁଟର ସହିତ ବଣ୍ଟନ କରାଯାଇଥାଏ । ଏକ ଗ୍ରୁପ୍ରେ ଯୋଡିହୋଇରହିଥିବା କମ୍ପୁଟର ମାନଙ୍କୁ ଏକ ସମୂହକୁ ଏହି ଡାଟା ଏବଂ ରିସୋରସ୍ ସବୁ ଦେଖିପାରିବେ । କ୍ଲାଉଡ୍ କମ୍ପୁଟିଂଗ୍ ଓ ଷ୍ଟୋରେଜ୍ ସଲୟୁସନ୍ କ୍ଲାଉଡ୍ ଟେକ୍ନୋଲଜି ବ୍ୟବହାରକାରିଙ୍କୁ ଓ ସଂସ୍ଥା ମାନଙ୍କୁ ଷ୍ଟୋରେଜ୍ ପାଇଁ ଜାଗା ପ୍ରଦାନ କରେ ଓ ଥାର୍ଡ ପାର୍ଟି ଡାଟା ସେଣ୍ଟର୍ଦ୍ୱାରା ତାଙ୍କର ଷ୍ଟୋର କରିଥିବା ଡାଟାକୁ ପ୍ରକ୍ରିୟା କରିବାର କ୍ଷମତା ଦିଏ । କ୍ଲାଉଡ୍ ଟେକ୍ନୋଲାଜି ନେଟୱର୍କିଂ ପାଇଁ ଏକ ଆଦର୍ଶ । ଏହା ସର୍ବବ୍ୟପୀ, ସୁବିଧାଜନକ, ଓ ଅନ୍-ଡିମାଣ୍ଡରେ (ଆବଶ୍ୟକତା ଅନୁସାରେ) ଏକ ନେଟୱର୍କ୍-କମ୍ପୁଟର ରିସୋର୍ସକୁ ନିଜର କ୍ଲାଉଡ୍ର ରିସୋର୍ସ୍ ବ୍ୟବହାର କରିବାର ଅନୁମତି ଓ ସୁବିଧା ମଧ୍ୟ ପ୍ରଦାନ କରିଥାଏ । ବଦଳ କରିହେଉଥିବା କମ୍ପ ରେସୋର୍ସ୍ ନେଟ୍ୱର୍କ, ସର୍ଭର, ଷ୍ଟୋରେଜ, ଆପ୍ଲିକେସନ୍ ଓ ସର୍ଭିସ୍ର ଏକ ସମୁହ । ଏହାକୁ ଅତି ଶୀଘ୍ର ଭାବରେ ଅଳ୍ପ ଖର୍ଚରେ ମ୍ୟନେଜ୍ କରିହୁଏ । ପ୍ରସ୍ତାବକ ଏହା ଦାବୀ କରନ୍ତି ଯେ କ୍ଲାଉଡ କମ୍ପ୍ୟୁଟିଙ୍ଗ୍ ବଡ ବଡ ଅନୁଷ୍ଠାନ ମାନଙ୍କୁ ନିଜର ପରିକଳ୍ପନା ଉପରେ ନିଜର ଧ୍ୟାନ କନ୍ଦ୍ରିତ କରି ଇନ୍ଫାଷ୍ଟ୍ରକ୍ଚର ଖର୍ଚ କମ କରିବାରେ ସାହଜ୍ୟ କରିଥାଏ । ଏହି ଅନୁଷ୍ଠାନ ଗୁଡିକ ଏହା ମଧ୍ୟ ଦାବି କରନ୍ତି ଯେ ଉଦ୍ୟୋଗ କର୍ମୀ ମାନଙ୍କ ପାଇଁ ତାଙ୍କର ଆପ୍ଲିକେସନକୁ ଦ୍ରୁତ ଗତିରେ ଚଳାଇବା ପାଇଁ ଓ ଅଧିକ ସୁବିଧାରେ ଓ କମ୍ ଭରଣପୋଷଣ କରି ଚଳାଇରଖିବାକୁ କ୍ଲାଉଡ ଟେକ୍ନୋଲଜି ସୁବିଧା ପ୍ରଦାନ କରେ । ଆଇ.ଟିର ଦ୍ରୁତଗତିରେ ବୃଦ୍ଧି ହେଉଥିବା ବେଳେ ବ୍ୟବସାୟ ଡିମାଣ୍ଡ ଓ ବୃଦ୍ଧି-ହ୍ରାସକୁ ସଠିକ୍ ଭାବରେ ବ୍ୟବସ୍ଥିତ କରିବା ପାଇଁ ମଧ୍ୟ କ୍ଲାଉଡ୍ ଟେକ୍ନୋଲଜି ସହଜୋଗ କରିଥାଏ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ଅପରେଙ୍ଗ ସିଷ୍ଟମ କମ୍ପ୍ୟୁଟରର ବିଭିନ୍ନ ରିସୋର୍ସ ଯେପରିକି ମେମୋରୀ, ସି.ପି.ଇଉ., ଅନ୍ୟାନ୍ୟ ହାର୍ଡୱେର ଇତ୍ୟାଦିଙ୍କୁ ସଠିକ ଭାବେ ପରିଚାଳନା କରି ଏକ କମ୍ପ୍ୟୁଟରକୁ ସମ୍ପୂର୍ଣଭାବେ କାର୍ଯ୍ୟକାରୀ କରିବାରେ ସାହାଯ୍ୟକରେ । ଏହା ବିଭିନ୍ନ ପ୍ରୋଗ୍ରାମ, ହାର୍ଡୱେର ମଧ୍ୟରେ ତାଳ ମେଳ ରକ୍ଷା କରି ସେମାନଙ୍କୁ ଆବଶ୍ୟକୀୟ ରିସୋର୍ସ ପ୍ରଦାନ କରେ, ଯାହାଦ୍ୱାରା କମ୍ପ୍ୟୁଟରଟି ସୁରୁଖୁରରେ କାର୍ଯ୍ୟ କରିପାରେ ।
ୱାଇ-ଫାଇ (Wi-Fi) ହେଉଛି ଏକ ଟେକ୍ନୋଲୋଜି ବା ପ୍ରଯୁକ୍ତି, ଯାହାଦ୍ୱାରା ଇଲେକ୍ଟ୍ରିନିକ୍ସ୍ ଯନ୍ତ୍ରଗୁଡ଼ିକ ପରସ୍ପର ସହ ସଂଯୋଗ ସ୍ଥାପନ କରି ନିଜ ନିଜ ଭିତରେ ଯୋଗାଯୋଗ କରିଥାନ୍ତି । ଏହାର ପୁରା ନାମ ହେଉଛି ଓୟାର୍ଲେସ୍ ଫିଡେଲିଟି (Wireless Fidelity) । ଓୟାର୍ଲେସ୍ର ଅର୍ଥ ତାରବିହୀନ ଓ ଫିଡେଲିଟିର ଅର୍ଥ ଭରସା ବା ବିଶ୍ୱାସ । ଅର୍ଥାତ୍ ଏହି ବ୍ୟବସ୍ଥାରେ ଯନ୍ତ୍ରଗୁଡ଼ିକ ବିନା ତାରରେ ପରସ୍ପର ସହିତ ଭରସାଯୋଗ୍ୟ ସଂଯୋଗ ସ୍ଥାପନ କରିଥାନ୍ତି । ଇଲେକ୍ଟ୍ରିନିକ୍ସ୍ ଯନ୍ତ୍ରଗୁଡ଼ିକ ମଧ୍ୟରେ ଏହି ପ୍ରକାର ସଂଯୋଗକୁ ସଂଯୋଗବିହୀନ ସଂଯୋଗ ମଧ୍ୟ କୁହାଯାଇପାରେ । ଏହି ବ୍ୟବସ୍ଥାରେ ଏକ ନିର୍ଦ୍ଦିଷ୍ଟ ପରିସୀମା ମଧ୍ୟରେ ରହିଥିବା ମୋବାଇଲ୍, ଲାପ୍ଟପ୍ ଓ କମ୍ପ୍ୟୁଟର ଇତ୍ୟାଦି ଯନ୍ତ୍ରଗୁଡ଼ିକ ମଧ୍ୟରେ ତାରବିହୀନ ଇଣ୍ଟରନେଟଦ୍ୱାରା ଯୋଗାଯୋଗ ହୋଇଥାଏ । ଏହି ପ୍ରଯୁକ୍ତିର ବିଶେଷତ୍ୱ ହେଲା ସେବା ପ୍ରଦାନକାରୀ ଇଣ୍ଟର୍ନେଟ୍ ସଂସ୍ଥା (Internet Service Provider ବା ISP) ପକ୍ଷରୁ ଦିଆଯାଇଥିବା ଗତିଠାରୁ ଏହାର ତୀବ୍ରତା ଅଧିକ ରହିଥାଏ । ତେବେ ଏହି ତାରବିହୀନ ନେଟ୍ୱାର୍କ ତିଆରି କରିବା ପାଇଁ ଏକ ରାଉଟର୍ର ଆବଶ୍ୟକତା ପଡ଼ିଥାଏ । ରେଡ଼ିଓ ତରଙ୍ଗ ସାହାଯ୍ୟରେ ଏହି ପ୍ରଯୁକ୍ତି କାମ କରିଥାଏ । ସାଧାରଣତଃ ୨.୪ ଗିଗାହର୍ଜ ୟୁଏଚ୍ଏଫ୍ ଏବଂ ୬ ଗିଗାହର୍ଜ ଏସ୍ଏଚ୍ଏଫ୍ ବେତାର ତରଙ୍ଗ ମଧ୍ୟରେ ୱାଇ-ଫାଇ ଅନ୍ୟ ଇଲେକ୍ଟ୍ରିନିକ୍ସ୍ ଉପକରଣଗୁଡ଼ିକୁ ସଂଯୋଗ କରିଥାଏ ।ୱାଇ-ଫାଇ ବ୍ୟବସ୍ଥାଦ୍ୱାରା ତିଆରି କରାଯାଇଥିବା ନେଟ୍ୱାର୍କ୍କୁ WLAN (Wireless Local Area Network) କୁହାଯାଏ । ସୁରକ୍ଷା ଦୃଷ୍ଟିରୁ ୱାଇ-ଫାଇ ସାଧାରଣତଃ ଦୁର୍ବଳ । କାରଣ ଏଥିପାଇଁ କୌଣସି ତାର ସଂଯୋଗ କରିବାକୁ ପଡ଼ି ନ ଥାଏ । ସୁରକ୍ଷା ଦୃଷ୍ଟିକୋଣରୁ ରାଉଟର୍କୁ ନିର୍ଦ୍ଦେଶ ଦେବା ପାଇଁ ପାସ୍ୱାର୍ଡ଼୍ ବ୍ୟବସ୍ଥା କରାଯାଇଛି । ଏହି ପାସ୍ୱାର୍ଡ଼୍ଦ୍ୱାରା ୱାଇ-ଫାଇ ନେଟ୍ୱାର୍କ୍ରେ କିଛିଟା ସୁରକ୍ଷା ଯୋଗାଇଦେବା ସମ୍ଭବ ହୋଇଥାଏ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ସି ପ୍ରୋଗ୍ରାମିଂ ଭାଷା(C Programming Language) ଏକ ଉଚ୍ଚ ସ୍ତରିୟ ପ୍ରୋଗ୍ରାମିଂ ଭାଷା ଯାହାର ପ୍ରାଥମିକ ବିକାସ ଡେନିସ ରୀଚିଦ୍ୱାରା ୧୯୬୯ ଏବଂ ୧୯୭୩ ମଧ୍ୟରେ ବେଲ ପ୍ରୟଗଶାଳା କରାଯାଇଥିଲା। ସି ପ୍ରୋଗ୍ରାମିଂ ଭାଷାର ରୁପରେଖା ଏପରି ଅଛି ଯାହା ଦ୍ୱାର ଏହାକୁ 'ଯନ୍ତ୍ର ଅନୁଦେଶ'(Machine Instruction) ସହିତ ଭାଲ ଭାବରେ ପ୍ରତିଚିତ୍ରଣ କରିହେବ ଏହି କାରଣରୁ ସିଷ୍ଟମ ସଫ୍ଟୱେର ଯେପରିକି 'ୟୁନିକ୍ସ ଅପରେଟିଙ୍ଗ ସିଷ୍ଟମକୁ'(UNIX Operating System) ଅତ୍ୟଧିକ ଭାବରେ ସି ପ୍ରୋଗ୍ରାମିଂ ଭାଷାରେ ଲେଖାଯାଇଛି।ସି ପ୍ରୋଗ୍ରାମିଂ ଭାଷା ଏକ ବ୍ୟାପକ ଭାବରେ ବ୍ୟବହାର କରାଯାଉଥିବା ଲୋକପ୍ରିୟ ପ୍ରୋଗ୍ରାମିଂ ଭାଷା। ସି ପ୍ରୋଗ୍ରାମିଂ ଭାଷାର ପ୍ରଭାବ ବିଭିନ୍ନ ନୁତନ ପ୍ରୋଗ୍ରାମିଂ ଭାଷା ଯେପରିକି ସି++(C++), ଜାଭା(Java), ସି#(C#), ପାଇଥନ୍(Python) ଏବଂ ପର୍ଲ୍(Perl) ଆଦି ଉପରେ ଦେଖାଯାଏ।
ବାଞ୍ଛାନିଧି ମହାନ୍ତି ଜଣେ ସ୍ୱାଧୀନତା ସଂଗ୍ରାମୀ ଏବଂ କବି । ତାଙ୍କ ଜୀବନର ଦୁଇଟି ଲକ୍ଷ୍ୟ ଥିଲା; ପ୍ରଥମଟି ହେଲା ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ଓ ଦ୍ୱିତୀୟଟି ହେଲା ସାମ୍ରାଜ୍ୟବାଦୀ ଫିରିଙ୍ଗି ଶାସନର ଅବସାନ । ସେ ସ୍ୱାଧୀନତା ଆନ୍ଦୋଳନ ପାଇଁ ଅନେକ ଦେଶାତ୍ମବୋଧକ ଗୀତ ରଚନା କରି ନିଜେ ଗାନ କରିଥିଲେ, ଫଳରେ ଆଖପାଖରେ ଲୋକମାନେ ତାଙ୍କ ଗୀତ, କବିତା ଆଦିଦ୍ୱାରା ଆକୃଷ୍ଟ ହୋଇ ସ୍ୱାଧୀନତା ସଂଗ୍ରାମରେ ଯୋଗଦାନ କରିଥିଲେ । ଅସହଯୋଗ ଆନ୍ଦୋଳନ ସମୟରେ ତାଙ୍କର ସଙ୍ଗୀତ କଂଗ୍ରେସ ଭାବ ପ୍ରଚାର କରିବାରେ ବହୁତ ସାହାଯ୍ୟ କରିଥିଲା । ତାଙ୍କ ରଚିତ ଦୁଃଖିନୀ କନିକା ଗୀତଟି ଜନାଦୃତ । ସେ ଜାତୀୟତାଭରା ଗୀତ ଗାଇ ଗାଇ ଗାଁ ଗାଁରେ ବୁଲୁଥିବାରୁ ତାଙ୍କୁ ଜାତୀୟ କବି ବୋଲି ପରିଚୟ ମିଳିଥିଲା । ସାଙ୍ଗେ ସାଙ୍ଗେ ଗୀତ ଲେଖି ବାଟେଘାଟେ ଗାଉଥିଲେ ବୋଲି ତାଙ୍କୁ ମଧ୍ୟ ଚାରଣ କବି କୁହାଯାଉଥିଲା ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଓଡ଼ିଶାର ବିଧାନ ସଭା ନିର୍ବାଚନ ମଣ୍ଡଳୀ ତାଲିକା
ଓଡ଼ିଶାର ୧୪୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀ ଓ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ସଭ୍ୟମାନଙ୍କ ତାଲିକା ।ସୂଚନା: