ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ସୁରମା ପାଢ଼ୀ (ଜନ୍ମ: ୨୯ ଡିସେମ୍ବର ୧୯୬୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟି ରାଜନୈତିକ ଦଳ ସହ ସଂପୃକ୍ତ ଅଛନ୍ତି । ସୁରମା ଓଡ଼ିଶା ବିଧାନ ସଭାକୁ ଜଣେ ବିଧାୟିକା ଭାବରେ ନିର୍ବାଚିତ ହୋଇଥିଲେ । ୨୦୦୪ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ଗୁଜରାଟୀ ( /ˌɡʊdʒəˈrɑːti/; ગુજરાતી gujarātī [ɡudʒəˈɾɑːti]) ଏକ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତୀୟ ରାଜ୍ୟ ଗୁଜରାଟର ଅଧିବାସୀ ଏବଂ ପ୍ରଧାନତଃ ଗୁଜରାଟୀ ଭାଷାଭାଷୀଙ୍କଦ୍ୱାରା କଥିତ । ଗୁଜରାଟୀ ବୃହତ୍ତର ଇଣ୍ଡୋ-ଇଉରୋପୀୟ ଭାଷା ପରିଗୋଷ୍ଠୀର ଅଂଶ । ଗୁଜରାଟୀ ପୁରୁଣା ଗୁଜରାଟୀରୁ ସୃଷ୍ଟିହୋଇଛି (ପ୍ରାୟ ୧୧୦୦-୧୫୦୦ ଖ୍ରୀ) । ଭାରତରେ ଏହା ଗୁଜରାଟର ସରକାରୀ ଭାଷା ଓ ଡାମନ ଓ ଡିଉ ଓ ଦାଦ୍ରା ଓ ନଗର ହବେଳୀର କେନ୍ଦ୍ରଶାସିତ ଅଞ୍ଚଳର ସରକାରୀ ଭାଷା । ୨୦୧୧ ଜନଗଣନା ଅନୁସାରେ ଗୁଜରାଟୀ ଭାରତରେ ମୋଟ ଜନସଂଖ୍ୟାର ୬ଷ୍ଠ ସର୍ବାଧିକ କଥିତ ଭାଷା ଓ ଏହା ୫୫.୫ ମିଲିଅନ (୫.୫ କୋଟି) ଭାଷାଭାଷୀଙ୍କଦ୍ୱାରା କଥିତ ଯାହା ଭାରତର ମୋଟ ଜନସଂଖ୍ୟାର ପ୍ରାୟ ୪.୫% । ୨୦୦୭ ମସିହାର ଗଣନା ଅନୁସାରେ ଏହା ସ୍ଥାନୀୟ ଭାଷାଭାଷୀଙ୍କ ସଂଖ୍ୟା ଭିତ୍ତିରେ ବିଶ୍ୱର ୨୬ ତମ ସର୍ବାଧିକ କଥିତ ଭାଷା ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ପ୍ରଫେସର ଦାଶରଥି ଦାସ, ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ, ପ୍ରାବନ୍ଧିକ ତଥା ସମାଲୋଚକ । ସେ କେନ୍ଦ୍ରାପଡ଼ା ଜିଲ୍ଲାର ଅୟତପୁରଠାରେ ୧୭ ଜୁଲାଇ ୧୯୩୬ରେ ଜନ୍ମଗ୍ରହଣ କରିଥିଲେ । ସେ ରେଭେନ୍ସା ମହାବିଦ୍ୟାଳୟ ଓ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଅଧ୍ୟାପନା କରିଥିଲେ ଏବଂ ସାହିତ୍ୟର ବିଭିନ୍ନ ବିଭାଗ ଉପରେ ଆଧାରିତ ପ୍ରାୟ ଦଶରୁ ଉର୍ଦ୍ଧ ପୁସ୍ତକ ରଚନା କରିସାରିଛନ୍ତି ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଅସମୀୟା ଭାଷା ଏକ ପୂର୍ବ ଭାରତୀୟ-ଆର୍ଯ୍ୟ ଭାଷା ଓ ଭାରତର ଆସାମ ରାଜ୍ୟର ସରକାରୀ ଭାଷା । ଏଇ ଭାଷା ପ୍ରଧାନତଃ ଉତ୍ତର-ପୂର୍ବ ଭାରତର ଆସାମରେ ବ୍ୟବହାର କରା ହୁଏ । ଅରୁଣାଚଳ ପ୍ରଦେଶର କିଛି କିଛି ଜାଗାରେ ଏବଂ ଉତ୍ତର-ପୂର୍ବାଞ୍ଚଳର ଅନ୍ୟାନ୍ୟ ରାଜ୍ୟରେ ମଧ୍ୟ ଅସମିୟା ଭାଷୀ ଲୋକ ଅଛନ୍ତି । ଅସମୀୟା-ଭିତ୍ତିକ ନାଗାମିଜ ନାମର ଗୋଟିଏ କ୍ରିଓଲ ଭାଷା ନାଗାଲ୍ୟାଣ୍ଡରେ ବ୍ଯାପକଭାବେ ବ୍ଯବହାର ହୁଏ । ଭୂଟାନରେ ମଧ୍ୟ କିଛିସଂଖ୍ଯକ ଅସମୀୟା ଭାଷୀ ଲୋକ ଅଛନ୍ତି । ଆସାମରେ ଅଧୁନା ଅସମୀୟା ଭାଷୀଙ୍କ ସଂଖ୍ୟା ୧.୩୦ କୋଟିରୁ ଅଧିକ ବିଶ୍ୱରେ ଅସମିୟାଭାଷୀଙ୍କ ସଂଖ୍ୟା ପ୍ରାୟ ୨ କୋଟି। ଓଡ଼ିଆ ଓ ବଙ୍ଗଳା ସାଙ୍ଗେ ଅସମିୟା ଭାଷାର ଯଥେଷ୍ଟ ସମାନତା ରହିଛି । ଏହା ଅସମୀୟା ଲିପିରେ ଲେଖା ହୁଏ ।
ଗୋକୁଳାନନ୍ଦ ମହାପାତ୍ର (୨୪ ମଇ ୧୯୨୨ - ୧୦ ଜୁଲାଇ, ୨୦୧୩) ଜଣେ ଓଡ଼ିଆ ବୈଜ୍ଞାନିକ ଓ ବିଜ୍ଞାନ ଲେଖକ ଥିଲେ । ୧୯୨୨ ମସିହା ମଇ ୨୪ ତାରିଖରେ ଭଦ୍ରକ ସହର ଅନ୍ତର୍ଗତ କୁଆଁସଠାରେ ଜନ୍ମଗ୍ରହଣ କରିଥିବା ଡଃ. ମହାପାତ୍ର ନିଜ ଗାଁ ସ୍କୁଲରୁ ପ୍ରାଥମିକ ଶିକ୍ଷା, ନାରାୟଣ ଚନ୍ଦ୍ର ଓ ଭଦ୍ରକ ହାଇସ୍କୁଲରୁ ମ୍ୟାଟ୍ରିକ ପାସ କରିବା ପରେ ରେଭେନ୍ଶା କଲେଜରୁ ରସାୟନ ବିଜ୍ଞାନରେ ସମ୍ମାନ ସହିତ ବି.ଏସ୍ସି. ଏବଂ କଲିକତାର ପ୍ରେସିଡେନ୍ସି କଲେଜରୁ ଏମ୍.ଏସ୍ସି ପାସ କରିଥିଲେ । ଉଚ୍ଚଶିକ୍ଷା କ୍ଷେତ୍ରରେ ତାଙ୍କ ଶ୍ୱଶୁର ଭଦ୍ରକ ଜିଲ୍ଲାର ଭୂୟାଁୱ୍ୟାସର ଜମିଦାର ସ୍ୱର୍ଗତଃ ବିନୋଦ ବିହାରୀ ରାୟଙ୍କ ସାହାଯ୍ୟ ଉଲ୍ଲେଖନୀୟ । ୧୯୫୮ ମସିହାରେ ସେ ପି.ଏଚ୍ଡି.
ଧୀରେନ୍ଦ୍ର ନାଥ ମଲ୍ଲିକ(ଧୀର ମଲ୍ଲିକ), ଜଣେ ମଞ୍ଚ ଅଭିନେତା ଓ ନିର୍ଦ୍ଦେଶକ । ସେ ଭୁବନେଶ୍ୱରର ଜଣାଶୁଣା ନାଟ୍ୟସଂସ୍ଥା ଶତାବ୍ଦୀର କଳାକାରର ପ୍ରତିଷ୍ଠାତା ଓ ବର୍ତ୍ତମାନ "ଓଡ଼ିଶା ନାଟ୍ୟ ସଂଘ"ର ସଭାପତି ଭାବରେ କାର୍ଯ୍ୟରତ ।ଧୀର ମଲ୍ଲିକଙ୍କୁ ନାଟ୍ୟକଳା ଉତ୍ତରାଧିକାରୀ ସୂତ୍ରରେ ମିଳିଥିଲା । ଆଖଣ୍ଡଳମଣୀ ଯାତ୍ରାଦଳ ପରିବାରରେ ଥିଲା ଓ ବାପା, ଭାଇ ସମସ୍ତେ ନାଟକ ସହିତ ଜଡିତ ଥିଲେ । ୧୯୬୧ ମସିହାରେ, ମାତ୍ର ୯ ବର୍ଷ ବୟସରେ, ସେ "କଂସା କବାଟ" ନାଟକରୁ ଅଭିନୟ ଆରମ୍ଭ କରିଥିଲେ । କଲେଜରେ ଡ୍ରାମାଟିକ ସମ୍ପାଦକ ଥିବା ଧୀରେନ୍ଦ୍ରନାଥ, ୧୯୭୩ ମସିହାରେ ରିଜର୍ଭ ବ୍ୟାଙ୍କରେ ଚାକରି ଆରମ୍ଭ କରିଥିଲେ । ୧୯୭୫ ମସିହାରେ, ଅଭିନୟ ଶିକ୍ଷା ଉଦ୍ଦେଶ୍ୟରେ, ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟରେ ନାମ ଲେଖାଇଥିଲେ । ୧୯୭୬ ମସିହାରେ, ସେ 'ଶତାବ୍ଦୀର କଳାକାର' ନାଟ୍ୟସଂସ୍ଥା ଭୁବନେଶ୍ୱରଠାରେ ପ୍ରତିଷ୍ଠା କରିଥିଲେ । ୧୯୮୮ ମସିହାରେ, ସେ "ଓଡ଼ିଶା ନାଟ୍ୟ ସଂଘ"ର ପ୍ରଥମ ସମ୍ପାଦକ ଦାୟିତ୍ୱ ଗ୍ରହଣ କରିଥିଲେ ଓ ବର୍ତ୍ତମାନ ଏହାର ସଭାପତି ଭାବରେ କାର୍ଯ୍ୟ କରୁଛନ୍ତି ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ବିଜୟ ମିଶ୍ର (ଜନ୍ମ ୧୬ଜୁଲାଇ ୧୯୩୬) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଛନ୍ତି । ଶ୍ରୀ ମିଶ୍ର, ଏଯାବତ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିସାରିଛନ୍ତି । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନ ପାଇଁ ମନୋନୀତ ହୋଇଛନ୍ତି ।
ପ୍ରଫେସର ମଧୁସୂଦନ କାନୁନଗୋ(୧ ଏପ୍ରିଲ ୧୯୨୭) gerontology(ବୃଦ୍ଧାବସ୍ଥା ଅଧ୍ୟୟନ) ସ୍ନାୟୁ ବିଜ୍ଞାନ କ୍ଷେତ୍ରରେ ଜଣେ ଭାରତୀୟ ବୈଜ୍ଞାନିକ ଅଟନ୍ତି । ବୈଜ୍ଞାନିକ ହେବା ସହିତ ସେ molecular biology ଓ Biochemestryର ଶିକ୍ଷକ ଅଟନ୍ତି । ତାଙ୍କ ଗବେଷଣାର ବିଷୟ ଥିଲା ବୟସ ସହ କିପରି ଗୁଣ ପିଣ୍ଡ(gene) ବଦଳି ଥାଏ ଓ ଏହାର ବୟସ ବଢିବା ସହ ସମ୍ପର୍କ । ଏଥି ପାଇଁ ୨୦୦୫ରେ ତାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହୋଇଥିଲେ । ବନାରସ ହିନ୍ଦୁ ବିଶ୍ୱବିଦ୍ୟାଳୟରେ ସେ ପ୍ରଫେସର ଏମିରଟସ ଥିଲେ । ନାଗାଲାଣ୍ଡ ବିଶ୍ୱବିଦ୍ୟାଳୟରେ ସେ ମୃତ୍ୟୁ ପର୍ଯ୍ୟନ୍ତ କୁଳାଧିପତି (ଚାନ୍ସେଲର) ଭାବେ ରାହିଥିଲେ ।
ସ୍ନାନ ଶବ୍ଦ ବିଶିଷ୍ଟ ଅନେକ ପ୍ରକାର ଶବ୍ଦ ଭାଷାରେ ଅଛି ସେଥିମଧ୍ୟରୁ କେତେଗୁଡ଼ିଏ ଅତି ପ୍ରଚଳିତ ଶବ୍ଦ ଯଥା: ଶିରଃ ସ୍ନାନ (ମୁଣ୍ଡଧୋଇ ଗାଧୋଅଇବା); (ସ୍ତ୍ରୀମାନଙ୍କର) ଋତୁସ୍ନାନ ବା ଶୁଦ୍ଧସ୍ନାନ; ପ୍ରାତଃସ୍ନାନ; ତୀର୍ଥସ୍ନାନ; ଦେବ ସ୍ନାନ (ଜ୍ୟେଷ୍ଠ ପୂର୍ଣ୍ଣିମାରେ ବିଷ୍ଣୁ ପ୍ରତିମାଙ୍କ ସ୍ନାନବିଧି), ମନ୍ତ୍ର ସ୍ନାନ, ଗଙ୍ଗାସ୍ନାନ, ରକ୍ତସ୍ନାନ, ମୋକ୍ଷସ୍ନାନ (ସୂର୍ଯ୍ୟ ବା ଚନ୍ଦ୍ରଙ୍କର ଗ୍ରହଣରୁ ମୁକ୍ତ ହେବା ପରେ ହିନ୍ଦୁମାନଙ୍କର ସ୍ନାନ), ଗ୍ରସ୍ତ ସ୍ନାନ ବା ଗ୍ରହଣସ୍ନାନ (ସୂର୍ଯ୍ୟ ବା ଚନ୍ଦ୍ର ଗ୍ରହଣ ଲାଗିବା ବେଳେ ହିନ୍ଦୁଙ୍କର ସ୍ନାନ), ପ୍ରେତସ୍ନାନ (ମୃତ ବ୍ୟକ୍ତିଙ୍କ ପ୍ରେତ ଉଦ୍ଦେଶ୍ୟରେ କରାଯିବା ସ୍ନାନ), ନିତ୍ୟସ୍ନାନ, ନୈମିତ୍ତିକ ସ୍ନାନ (କୌଣସି ବିଶେଷ ନିମିତ୍ତ ଉପଲକ୍ଷରେ (ଯଥା: ଗ୍ରହଣ ସମୟରେ କୌଣସି କୁଟୁମ୍ବ ମୃତ ହେଲେ) କରାଯିବା ସ୍ନାନ, କାକସ୍ନାନ ମହାସ୍ନାନ, (ଦେବପ୍ରତିମାଙ୍କର ସ୍ନାନ, ଦେବ ମନ୍ଦିରରେ କୌଣସି ଅଶୁଭଜନକ ଘଟନା ଘଟିଲେ, ଯଥା: ଅସ୍ପୃଶ୍ୟ ବ୍ୟକ୍ତି ଦେବତାଙ୍କୁ ଛୁଇଁ ଦେଲେ, ମନ୍ଦିର ମଧ୍ୟରେ କେହି ଝାଡ଼ା ଫେରି ପକାଇଲେ ବା ପ୍ରସାବ କଲେ, ଦେବତାଙ୍କୁ ଗାଧୋଇଦେବାରୂପ କର୍ମ), କର୍ମସ୍ନାନ (ପ୍ରାଯଶ୍ଚିତ୍ତ, ଅଭିଷେକ, ଉପନଯନ, କର୍ଣ୍ଣବେଧ ଇତ୍ୟାଦି କାମ୍ୟ କର୍ମ ଉପଲକ୍ଷରେ ସ୍ନାନ), ସମୁଦ୍ର ସ୍ନାନ ବା ସାଗର ସ୍ନାନ, ନଦୀସ୍ନାନ, ଅଶୌଚସ୍ନାନ, ସଦ୍ୟଃସ୍ନାନ, ମକରସ୍ନାନ ବା ମାଘସ୍ନାନ, କାର୍ତ୍ତିକସ୍ନାନ, ବାରୁଣୀ ସ୍ନାନ, ପ୍ରୟାଗସ୍ନାନ, ତ୍ରିବେଣୀ ସ୍ନାନ । ସ୍ନାନ ସାତ ପ୍ରକାର, ଯଥା:
ମାଳତୀ ଚୌଧୁରୀ ୨୬ ଜୁଲାଇ ୧୯୦୪ରେ ଏକ ବ୍ରାହ୍ମ ପରିବାରରେ ବାପା ବାରିଷ୍ଟର କୁମୁଦ ନାଥ ସେନ ଓ ମାଆ ସ୍ନେହଲତା ସେନଙ୍କ ଠାରୁ ଜନ୍ମ ନେଇଥିଲେ । ୨.୫ ବର୍ଷ ବୟସରେ ବାପାଙ୍କୁ ହରାଇ ସେ ମାଆଙ୍କ ଦେଇ ପରିପାଳିତ ହୋଇଥିଲେ । ବିଶ୍ୱକବି ରବିନ୍ଦ୍ରନାଥ ତାଙ୍କୁ ସ୍ନେହରେ ମିନୁ ଓ ଗାନ୍ଧୀଜୀ ତାଙ୍କୁ ତୁଫାନୀ ନାମରେ ଡାକୁଥିଲା ବେଳେ ସେ ଓଡ଼ିଶାବାସୀଙ୍କ ଆଦରଣୀୟ ନୂମା (ନୂଆ ମା) ଭାବେ ପରିଚିତ ଥିଲେ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଆଷାଢ଼ ମାସ ଶୁକ୍ଳପକ୍ଷ ଅଷ୍ଟମୀ ତିଥିରେ ପର୍ଶୁରାମଷ୍ଟମୀ ପାଳନ କରାଯାଏ । ଏହିଦିନ ଭଗବାନ ପର୍ଶୁରାମ ଜନ୍ମଗ୍ରହଣ କରିଥିଲେ । ଦ୍ୱାପର ଯୁଗରେ ପର୍ଶୁରାମ ଭୀଷ୍ମ କର୍ଣ୍ଣଙ୍କ ଭଳି ମହାରଥୀଙ୍କୁ ଯୁଦ୍ଧବିଦ୍ୟା ଶିକ୍ଷା ଦେଇଥିଲେ । ଓଡ଼ିଶାର ଦକ୍ଷିଣାଞ୍ଚଳରେ ମାଆମାନେ ପୁତ୍ରର ଶୁଭକାମନା କରି ପର୍ଶୁରାମଷ୍ଟମୀ ବ୍ରତ ପାଳନ କରନ୍ତି । ଶ୍ରୀଜଗନ୍ନାଥ ମହାପ୍ରଭୁ ଶ୍ରୀଗୁଣ୍ଡିଚା ଘରେ ଅବସ୍ଥାନ କରୁଥିବା ସମୟରେ ଏହି ବ୍ରତ ପାଳନ କରାଯାଏ । ଉପବାସ ରହି ଭଗବାନ ପର୍ଶୁରାମଙ୍କୁ ପୂଜାର୍ଚ୍ଚନା କରାଯାଏ । ଚିରଞ୍ଜିବୀ ପର୍ଶୁରାମ ଏବେ ମହେନ୍ଦ୍ରଗିରିରେ ଅବସ୍ଥାନ କରୁଛନ୍ତି ବୋଲି ଭକ୍ତମାନେ ବିଶ୍ୱାସ କରନ୍ତି । ତେଣୁ କେହି କେହି ଆଷାଢ଼ ମାସ ଶୁକ୍ଳପକ୍ଷ ଅଷ୍ଟମୀ ତିଥିରେ ମହେନ୍ଦ୍ରଗିରିକୁ ଯାଇ ଭଗବାନ ପର୍ଶୁରାମଙ୍କ ମୂର୍ତ୍ତି ନିକଟରେ ପୂଜାର୍ଚ୍ଚନା କରନ୍ତି । ଓଡ଼ିଶାର ଦକ୍ଷିଣାଞ୍ଚଳରେ ପର୍ଶୁରାମ ଗୋତ୍ରୀ ବ୍ରାହ୍ମଣମାନେ ବସବାସ କରନ୍ତି । ସେମାନେ ଅଧିକାଂଶ ସମୟରେ ଭିକ୍ଷାନ୍ନ ଉପରେ ନିର୍ଭର କରି ଜୀବିକା ନିର୍ବାହ କରନ୍ତି । ତେବେ ସେମାନେ ସାଧାରଣ ଭିକ୍ଷୁକ ବା ଯୋଗୀ ଭିକାରି ପରି ଭିକ୍ଷା ମାଗନ୍ତି ନାହିଁ । ଦୁଇଜଣ ଏକାଠି ଆସନ୍ତି । ଜଣେ ରାମ ବେଶରେ ଆଉ ଜଣେ ପର୍ଶୁରାମ ବେଶରେ ଆସନ୍ତି । ରାମଙ୍କ ହାତରେ ଥାଏ ଧନୁଶର ଓ ପର୍ଶୁରାମଙ୍କ ହାତରେ ଥାଏ ପରଶୁ କୁଠାର । ଗ୍ରାମର ବା ସାହିର ଦୁଇମୁଣ୍ଡରୁ ଦୁଇଜଣ ପ୍ରବେଶ କରନ୍ତି । ଯେଉଁଠାରେ ଭେଟହୁଏ ସେଠାରେ ଯୁଦ୍ଧର ଆହ୍ୱାନ ଭଳି ଅଭିନୟ କରନ୍ତି । ଦୁଇଜଣଙ୍କ ମଧ୍ୟରେ ବାକ୍ ଯୁଦ୍ଧ ଚାଲେ । ଶେଷରେ ପର୍ଶୁରାମ ବେଶଧାରୀ ଭିକ୍ଷୁ ହାରିଯାଇ ଶ୍ରୀରାମ ବେଶଧାରୀ ଭିକ୍ଷୁଙ୍କ ନିକଟରେ ଶରଣ ପଶନ୍ତି । ଏହି ଦୃଶ୍ୟ ଦେଖିବାକୁ ବହୁଲୋକ ରୁଣ୍ଡ ହୁଅନ୍ତି । ସେମାନେ ରାମ ଓ ପର୍ଶୁରାମ ବେଶଧାରୀ ବ୍ରାହ୍ମଣଙ୍କୁ ଭିକ୍ଷା ଦିଅନ୍ତି । ଦୁଇଜଣଙ୍କ ହାତରେ ଲାଉତୁମ୍ବାର ପାତ୍ର ଥାଏ । ଏଥିରେ ସୁନ୍ଦର ଦଶାବତାର ଚିତ୍ର ଅଙ୍କିତ ହୋଇଥାଏ । ଦୁହେଁ ମୁଣ୍ଡରେ ଖିଡ଼୍କୀ ପାଗ ଓ ଚିତା ପୋଷାକ ପିନ୍ଧିଥାନ୍ତି । ପର୍ଶୁରାମଙ୍କ ଜଙ୍ଘରେ ଗୋଟିଏ ଘିର ବନ୍ଧା ହୋଇଥାଏ । କଥିତ ଅଛି ପର୍ଶୁରାମ ପୃଥିବୀରୁ ଏକବିଂଶବାର କ୍ଷତ୍ରିୟଙ୍କୁ ନିପାତ କରିବା ସମୟରେ ଜାନୁରେ ଘଣ୍ଟି ବାନ୍ଧିଥିଲେ । ସେହି ଘିର ଶବ୍ଦ ଶୁଣିଲେ ଶତୃମାନେ ଭୟରେ ଶିହରୀ ଉଠୁଥିଲେ । ତେଣୁ ତାଙ୍କୁ ଜାନୁଘଣ୍ଟ ପର୍ଶୁରାମ କୁହାଯାଉଥିଲା । ଏହି ପରମ୍ପରାର ଜାନୁଘଣ୍ଟ ପର୍ଶୁରାମ ଭିକ୍ଷୁକ କ୍ଷତ୍ରିୟୋଚିତ ସ୍ୱାଭିମାନ ନେଇ କାହାକୁ କିଛି ମାଗନ୍ତି ନାହିଁ । କାହା ଦୁଆରେ ଛିଡ଼ା ହୁଅନ୍ତି ନାହିଁ । କାହାରି ଛାତ ତଳକୁ ଯାଆନ୍ତି ନାହିଁ । ଗାଁଗହଳରେ ଏମାନଙ୍କୁ ଜାନୁଘଣ୍ଟିଆ କୁହାଯାଏ ।
ପଦ୍ମଶ୍ରୀ ଗୁରୁ ଗଙ୍ଗାଧର ପ୍ରଧାନ,(୧୦ ଜୁଲାଇ ୧୯୪୮ - ୧୦ ଅକ୍ଟୋବର ୨୦୧୦) ପୁରୀ ଜିଲ୍ଲା ବ୍ରହ୍ମଗିରୀ ବ୍ଳକ ଅନ୍ତର୍ଗତ ପାରିକୂଳ ଗାଁରେ ୧୯୪୮ ମସିହା ଜୁଲାଇ ୧୦ ତାରିଖରେ ଜନ୍ମଗ୍ରହଣ କରିଥିଲେ । ଗୁରୁ ଗଙ୍ଗାଧର ବାଲ୍ୟକାଳରୁ ଶାରିରୀକ ଅସୁସ୍ଥତା ମଧ୍ୟରେ ରହୁଥିବାରୁ ପିତା ମୁରଲୀଧର ପ୍ରଧାନ ଓ ମା ଦ୍ୱିତୀକା ଦେବୀ ତାଙ୍କୁ ନିକଟସ୍ଥ ଡିମିରୀସେଣା ଗ୍ରାମରେ ପୂଜା ପାଉଥିବା ବାଲୁଙ୍କେଶ୍ୱରଙ୍କୁ ସମର୍ପଣ କରିଦେଇଥିଲେ । ପୁଅ ଆରୋଗ୍ୟ ଲାଭ କଲେ ଗୋଟିପୁଅ ନୃତ୍ୟ କରିବ ବୋଲି ପିତା ମାତା ମାନସୀ ଥିଲେ । ଏହି ମାନସିକ ଗୁରୁ ଗଙ୍ଗାଧରଙ୍କ ପାଇଁ ଥିଲା ଆଦ୍ୟ ପ୍ରେରଣା । ସୁସ୍ଥ ହେବାପରେ ଗୁରୁ ଗଙ୍ଗାଧର, ଗୁରୁ ବାଞ୍ଚାନିଧି ପ୍ରଧାନ, ପଣ୍ଡିତ ଚନ୍ଦ୍ରଶେଖର ପଟ୍ଟନାୟକ ଓ ଗୁରୁ ବୀରବର ସାହୁଙ୍କଠାରୁ ଗୋଟିପୁଅ ନୃତ୍ୟ ଶିକ୍ଷା ଲାଭ କରିଥିଲେ । ପରେ ଭୁବନେଶ୍ୱରସ୍ଥ ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟରୁ ଓଡ଼ିଶୀ ନୃତ୍ୟଶିକ୍ଷା ଲାଭ କରି ନୃତ୍ୟାଚାର୍ଯ୍ୟ ଉପାଧି ହାସଲ କରିବା ସହ ନିଜକୁ ଜଣେ ପ୍ରତିଭାବାନ ଓଡ଼ିଶୀ ନୃତ୍ୟଶିଳ୍ପୀ ଭାବରେ ପରିଚିତ କରାଇଥିଲେ । ଗୁରୁ ଗଙ୍ଗାଧର ପଦ୍ମଶ୍ରୀ ପଙ୍କଜ ଚରଣ ଦାସ, ଗୁରୁ କେଳୁଚରଣ ମହାପାତ୍ର, ଗୁରୁ ଦେବପ୍ରସାଦ ଦାସ, ଡ.
ନରେନ୍ଦ୍ର ନାଥ ମିଶ୍ର, ଜଣେ ଓଡ଼ିଆ ପ୍ରାବନ୍ଧିକ ଓ ସାହିତ୍ୟ ସମାଲୋଚକ ଥିଲେ ।ନରେନ୍ଦ୍ର ନାଥ ୧୯୨୯ ମସିହାରେ ବାଲେଶ୍ୱର ଜିଲ୍ଲାର ଗିଲିଦା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟରୁ ଓଡ଼ିଆରେ ସ୍ନାତକ ଓ ସ୍ନାତକୋତ୍ତର ଲାଭ କରିଥିଲେ । ସେ ଶାନ୍ତିନିକେତନ ଓ ବିଶ୍ୱ ଭାରତୀ ବିଶ୍ୱବିଦ୍ୟାଳୟରେ ଗବେଷଣା କରିବା ପରେ ଜଣେ ଓଡ଼ିଆ ଅଧ୍ୟାପକ ଭାବରେ କାର୍ଯ୍ୟ ଆରମ୍ଭ କରିଥିଲେ । ୧୯୬୦ ମସିହାରେ ବିଶ୍ୱ ଭାରତୀ ବିଶ୍ୱବିଦ୍ୟାଳୟରେ ଜଣେ ସ୍ଥାୟୀ ଅଧ୍ୟାପକ ଭାବରେ ଯୋଗଦେଇ ୧୯୯୪ ମସିହାରେ ଅବସର ଗ୍ରହଣ କରିଥିଲେ । ଅଧ୍ୟାପନା ଛଡ଼ା, ସେ ଭାରତୀୟ ଜ୍ଞାନପୀଠ ଓଡ଼ିଆ ସମିତିର ଆବାହକ ଭାବରେ କାର୍ଯ୍ୟ କରିଥିଲେ । ସେ ଓଡ଼ିଆ ଭାଷା ବିଶାରଦ ଭାବରେ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗରେ ମଧ୍ୟ କାର୍ଯ୍ୟ କରିଥିଲେ ।
ମହାଶ୍ୱେତା ରାୟ ଜଣେ ଓଡ଼ିଆ କଥାଚିତ୍ର ଅଭିନେତ୍ରୀ ଓ ନୃତ୍ୟଶିଳ୍ପୀ । ସେ ଓଡ଼ିଆ ଓ ବଙ୍ଗଳା ସିନେମାରେ ଅଭିନୟ କରିଛନ୍ତି । ସେ ଓଡ଼ିଆ ସାହିତ୍ୟିକ ରାଜକିଶୋର ରାୟଙ୍କ ଝିଅ ଓ ଓଡ଼ିଆ ସିନେମା ମାଳବିକା ରାୟ ଓ ମନସ୍ୱିନୀ ରାୟଙ୍କ ସାନ ଭଉଣୀ । ରାୟ ନିଜ ଅଭିନୟ କାଳରେ ୫୦ରୁ ଓଡ଼ିଆ ତଥା ବଙ୍ଗଳା ଓ ତେଲୁଗୁ ସିନେମାରେ ଅଭିନୟ କରିସାରିଛନ୍ତି । ତାଙ୍କ ଅଭିନୟ ନିମନ୍ତେ ସେ ଜୟଦେବ ପୁରସ୍କାର ଓ ଫିଟଫାଟ ବାଇସ୍କୋପ ପୁରସ୍କାରରେ ସମ୍ମାନୀତ ।
ଶ୍ରାବଣୀ ନନ୍ଦ(ଜନ୍ମ: ୭ ମେ ୧୯୯୧) ଓଡ଼ିଶାର କନ୍ଧମାଳ ଜିଲ୍ଲା ଅନ୍ତର୍ଗତ ଟିକାବାଲିରେ ଜନ୍ମିତ ଜଣେ ଧାବିକା । ସେ ୨୦୧୬ ରିଓ ଅଲିମ୍ପିକ୍ସରେ ଭାରତକୁ ପ୍ରତିନିଧିତ୍ୱ କରିଥିଲେ । ତାଙ୍କ ବାପା ବନବିହାରୀ ନନ୍ଦ ଜଣେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ଏବଂ ମାତା ସୁବାସିନୀ ରାୟଗୁରୁ ଜଣେ ଶିକ୍ଷୟତ୍ରୀ । ଭବିଷ୍ୟତରେ ଜଣେ ଭଲ ଆଥଲେଟ୍ ହେବା ଆଶାରେ ୨୦୦୨ରେ ଯୋଗ ଦେଇଥିଲେ ରାଜ୍ୟ କ୍ରୀଡ଼ାବାସରେ । ସେ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ମହିଳା ୪୦୦ ମିଟର ରେଲେ ସହ ୧୦୦ ମିଟର ଓ ୨୦୦ ମିଟର ଦୌଡ଼ ପ୍ରତିଯୋଗିତା ମାନଙ୍କରେ ଭାରତ ଓ ଓଡ଼ିଶା ରାଜ୍ୟକୁ ପ୍ରତିନିଧିତ୍ୱ କରିଥିଲେ ।
ଗୌରୀଶଙ୍କର ରାୟ ଜଣେ ଓଡ଼ିଆ ଭାଷା ଆନ୍ଦୋଳନକାରୀ, ଲେଖକ ଓ ପ୍ରକାଶକ । ସେ ଉନବିଂଶ ଶତାବ୍ଦୀ ଓଡ଼ିଆ ନବଜାଗରଣର ପୁରୋଧା । ଗୌରୀଶଙ୍କର ଓଡ଼ିଶାବାସୀ ବଙ୍ଗାଳୀ ଓ ଉତ୍କଳ ସାହିତ୍ୟ ସମାଜର ସଭାପତି ଏବଂ ‘ଉତ୍କଳ ସଭା’ର ସମ୍ପାଦକ-ପରିଚାଳକ ହୋଇ ଓଡ଼ିଆ ଭାଷା ଆନ୍ଦୋଳନରେ ଭାଗ ନେଇଥିଲେ । ତାଙ୍କର ସମ୍ପାଦନାରେ ପ୍ରଥମ ଓଡ଼ିଆ ପତ୍ରିକା ଉତ୍କଳ ଦୀପିକା ପ୍ରକାଶିତ ହୋଇ ଓଡ଼ିଆମାନଙ୍କ ସ୍ୱାର୍ଥରକ୍ଷା ପାଇଁ ସରକାରଙ୍କ ପାଖରେ ଦାବି ଉପସ୍ଥାପିତ କରିବାର ଭୂମିକା ଗ୍ରହଣ କରିଥିଲା । ସେ କଟକ ଟାଉନ ହଲର ପ୍ରତିଷ୍ଠାତା ଥିଲେ ।
କାଳୀଚରଣ ପଟ୍ଟନାୟକ ଜଣେ ଆଧୁନିକ ଓଡ଼ିଆ ନାଟ୍ୟକାର, ଗୀତିକାର, କବି, ସଙ୍ଗୀତଜ୍ଞ ଓ ନୃତ୍ୟ ବିଶାରଦ ଥିଲେ । କାଳୀଚରଣ ପାରମ୍ପରିକ ଲୀଳା ନାଟକ ପ୍ରଦର୍ଶନ କରି ନିଜର ନାଟ୍ୟକାର ଜୀବନ ଅରମ୍ଭ କରିଥିଲେ । ୪ର୍ଥ ଦଶକ ବେଳକୁ ସେ ଆଧୁନିକ ମଞ୍ଚ ନାଟକ ଲେଖି ତାହାର ବିପଣନ କରିବା ଆରମ୍ଭ କରିଥିଲେ । ସେଥିପାଇଁ ୧୯୨୯ ମସିହାରେ "ସାକ୍ଷୀଗୋପାଳ ନାଟକ ସଂଘ' ଓ ୧୯୩୯ରେ "ଓଡ଼ିଶା ଥିଏଟର୍ସ' ନାମରେ ଏକ ରଙ୍ଗମଞ୍ଚ ଗଠନ କରି ଓଡ଼ିଶା ନାଟକାଭିନୟ ଜଗତର ପ୍ରସାର ଓ ଉନ୍ନତି କରିଥିଲେ । ତାଙ୍କର ଜନପ୍ରିୟ ନାଟକ ଗାର୍ଲ ସ୍କୁଲ (୧୯୩୯) ଓଡ଼ିଆ ମଞ୍ଚାଭିନୟରେ ନୂତନ ଯୁଗର ଆରମ୍ଭ କରିଥିଲା । ତାଙ୍କୁ ଆଧୁନିକ ଓଡ଼ିଆ ନାଟ୍ୟଶାସ୍ତ୍ରର ‘ଭରତମୁନି’ ବୋଲି ମଧ୍ୟ କୁହାଯାଏ ।