ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ସୁରମା ପାଢ଼ୀ (ଜନ୍ମ: ୨୯ ଡିସେମ୍ବର ୧୯୬୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟି ରାଜନୈତିକ ଦଳ ସହ ସଂପୃକ୍ତ ଅଛନ୍ତି । ସୁରମା ଓଡ଼ିଶା ବିଧାନ ସଭାକୁ ଜଣେ ବିଧାୟିକା ଭାବରେ ନିର୍ବାଚିତ ହୋଇଥିଲେ । ୨୦୦୪ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ରସଗୋଲା ଛେନା ଓ ଚିନିରୁ ତିଆରି ଏକ ସିରାଯୁକ୍ତ ମିଠା ଓ ଏହା ଭାରତୀୟ ଉପମହାଦେଶ ଓ ଦକ୍ଷିଣ ଏସୀୟ ବଂଶୋଦ୍ଭବମାନେ ବାସ କରୁଥିବା ସ୍ଥାନଗୁଡ଼ିକରେ ଜଣାଶୁଣା । ଏହା ପେଣ୍ଡୁ ଆକାରରେ ହୋଇଥାଏ ଏବଂ ଛେନା ଓ ସୁଜିରୁ ତିଆରି ହୋଇ ଚିନି ସିରାରେ ଛଣାଯାଇଥାଏ । ସିରାରେ ରସଗୋଲା ସମ୍ପୂର୍ଣ୍ଣ ଭରିଯିବାଯାଏ ଏହାକୁ ଛଣାଯାଇଥାଏ । ଏହା ପୂର୍ବ ଭାରତରେ ଜନ୍ମଲାଭ କରିଥିଲା ଓ ଏବେର ଓଡ଼ିଶା ଓ ପଶ୍ଚିମବଙ୍ଗ ଏହାର ଜନ୍ମସ୍ଥାନ ବୋଲି ଅନେକ ଦାବୀ କରିଛନ୍ତି । ୨୦୧୬ ମସିହାରେ ଓଡ଼ିଶା ସରକାରଙ୍କଦ୍ୱାରା ସ୍ଥାପିତ ଏକ କମିଟି ରସଗୋଲାର ମୂଳ ଓଡ଼ିଶା ବୋଲି ପ୍ରମାଣ କରିଥିଲା । ରଥଯାତ୍ରାର ଶେଷକୁ ବାହୁଡ଼ା ପରେ ନୀଳାଦ୍ରୀ ବିଜେ ବେଳେ ଜଗନ୍ନାଥଙ୍କ ନିକଟରେ ରସଗୋଲା ଲାଗି କରାଯାଇଥାଏ । । ପଶ୍ଚିମବଙ୍ଗର କର୍ମକର୍ତ୍ତାମାନେ ଜଣାଇଥିଲେ ଯେ ସେମାନେ କେବଳ "ବଙ୍ଗଳାର ରସଗୋଲା" (ପଶ୍ଚିମବଙ୍ଗରେ ଜଣାଶୁଣା ଏକପ୍ରକାର ରସଗୋଲା) ଜିଓଗ୍ରାଫିକାଲ ଇଣ୍ଡିକେସନ ପାଇଁ ଆବେଦନ କରିଥିଲେ । ସେମାନେ ଜଣାଇଥିଲେ ଯେ ଏହା କେବଳ ସେମାନଙ୍କ ଆଞ୍ଚଳିକ ରସଗୋଲାକୁ ରକ୍ଷାକରିବା ପାଇଁ ଓ ଓଡ଼ିଶା ସହ ସେମାନଙ୍କ କୌଣସି ଦ୍ୱନ୍ଦ ନାହିଁ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଶ୍ରୀନିବାସ ରାମାନୁଜନ FRS ( pronunciation ) (୨୨ ଡିସେମ୍ବର ୧୯୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ ’ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ଭାରତୀୟ ସାଧାରଣ ନିର୍ବାଚନ ୧୭ତମ ଲୋକ ସଭା ସଦସ୍ୟମାନଙ୍କୁ ନିର୍ବାଚିତ କରିବାକୁ ୨୦୧୯ ମସିହା ଅପ୍ରେଲ ମାସ ୧୧ ତାରିଖରୁ ଆରମ୍ଭ କରି ମଇ ମାସ ୧୯ ତାରିଖ ପର୍ଯ୍ୟନ୍ତ ସାତଟି ପର୍ଯ୍ୟାୟରେ ଅନୁଷ୍ଠିତ ହୋଇଥିଲା । ମଇ ମାସ ୨୩ ତାରିଖରେ ଭୋଟ ଗଣନା ହୋଇ ଫଳାଫଳ ପ୍ରକାଶ ପାଇଥିଲା ।ବିଧାନ ସଭା ନିର୍ବାଚନ ମଧ୍ୟ ନିମ୍ନୋକ୍ତ ରାଜ୍ୟଗୁଡ଼ିକରେ ଏହି ସମୟରେ ଏକା ସାଙ୍ଗରେ ହୋଇଥିଲା: ଆନ୍ଧ୍ର ପ୍ରଦେଶ, ଅରୁଣାଞ୍ଚଳ ପ୍ରଦେଶ, ଓଡ଼ିଶା, ଜମ୍ମୁ ଓ କାଶ୍ମୀର ଏବଂ ସିକ୍କିମ । ଓଡ଼ିଶାରେ ଚାରୋଟି ପର୍ଯ୍ୟାୟରେ ୧୧, ୧୮, ୨୩ ଏବଂ ୨୯ ଅପ୍ରେଲ ମାସରେ ନିର୍ବାଚନ ହୋଇଥିଲା ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଭାରତର ଭୌଗୋଳିକ ଉପଦର୍ଶନ (ଜି.ଆଇ.) ଗୁଡ଼ିକର ତାଲିକା
ଭୌଗୋଳିକ ଉପଦର୍ଶନ କିମ୍ବା ଜିଆଇ ଟ୍ୟାଗ ହେଉଛି ଏକ ନାମ ବା ଚିହ୍ନ ଯାହା କୌଣସି ଏକ ସହର, ଅଞ୍ଚଳ ବା ଦେଶର ଏକ ନିର୍ଦ୍ଧିଷ୍ଟ ଉତ୍ପାଦ ବା ଜିନିଷ ବିଷୟରେ ବୁଝାଇଥାଏ । ବିଶ୍ୱ ବାଣିଜ୍ୟ ସଙ୍ଗଠନର ଏକ ସଦସ୍ୟ ହେତୁ ଭାରତ ଏହି ନିୟମ ୧୫ ସେପ୍ଟେମ୍ବର ୨୦୦୩ରୁ ପ୍ରଚଳନ କରିଆସୁଛି । ଏହି ନିୟମ "କୌଣସି ଏକ ଜିନିଷକୁ ଏକ ପ୍ରାନ୍ତ, ଯେଉଁଠାରେ ଏକ ଆବଶ୍ୟକୀୟ ପରିମାଣର ଗୁଣ, ପ୍ରତିଷ୍ଠା ଏବଂ ବିଶେଷତା ମାତ୍ରା ପୂରଣ ହେବାର " ସୁଚାଇଥାଏ ।ଜିଆଇ ଟ୍ୟାଗ ଏକ ପ୍ୟାଟେଣ୍ଟ ସଦୃଶ୍ୟ ଅନ୍ୟ କାହାକୁ ଦିଆଯାଇଥିବା ଜିନିଷନିଜର ନାମ ଯୋଗ କରିବା ଅନୁମତି ଦିଏ ନାହିଁ । ଉଦାହରଣ ସ୍ୱରୂପ ପିପିଲି ଚାନ୍ଦୁଆ ହେଉଛି ପିପିଲି ନାମ ସହ ଜଡ଼ିତ ଜିଆଇ ଟ୍ୟାଗ, ଚାନ୍ଦୁଆକୁ ଆଉ କେହି ତାଙ୍କର ନାମ ସହିତ ଯୋଗ କରିପାରିବେ ନାହିଁ । ଓଡ଼ିଶାର କନ୍ଧମାଳ ଜିଲ୍ଲାକୁ ୨୦୧୯ ମସିହା ଉତ୍କଳ ଦିବସରେ ଅର୍ଥାତ ଅପ୍ରେଲ ମାସ ୧ ତାରିଖରେ କନ୍ଧମାଳ ହଳଦୀ ପାଇଁ ଜିଆଇ ଟ୍ୟାଗ ମିଳିଥିଲା । ଓଡ଼ିଶାର ରସଗୋଲାକୁ ୨୯ ଜୁଲାଇ ୨୦୧୯ ତାରିଖରେ ଭୌଗଳିକ ଉପଦର୍ଶନ ଟ୍ୟାଗ ମିଳିଥିଲା ।ସବୁ ସୁରୁଖୁରୁରେ ଚାଲିଲେ ଆବେଦନ କରିବାର ୧୨୦ ଦିନ ମଧ୍ୟରେ ଟ୍ୟାଗ ପ୍ରଦାନ କରିଦିଆଯାଇଥାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ରାମରାୟ ମୁଣ୍ଡା (ଜନ୍ମ: ୮ ଜୁଲାଇ ୧୯୩୮) ଜଣେ ଓଡ଼ିଆ ରାଜନୀତିଜ୍ଞ । ରାମରାୟ ଓଡ଼ିଶା ରାଜନୀତିରେ ସ୍ୱତନ୍ତ୍ର ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସେ କାର୍ଯ୍ୟ କରିଥିଲେ । ୧୯୬୭ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପାଟଣା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ୱାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ରସଗୋଲା ଦିବସ ରସଗୋଲାର ପରିଚିତି ବିଶ୍ୱବ୍ୟାପୀ ଅଧିକ ଜଣାଇବା ପାଇଁ ପାଳିତ ଏକ ସାମାଜିକ ଦିବସ । ୨୦୧୫ ଜୁଲାଇ ୪ ତାରିଖରେ ଏହା ପ୍ରଥମେ ଆରମ୍ଭ ହୋଇଥିଲା । ଏହା ପ୍ରଥମେ ସୋସିଆଲ ମିଡ଼ିଆରେ ପ୍ରଚାରରୁ ଆରମ୍ଭ ହୋଇଥିଲା ଓ ପରେ ସମ୍ବାଦ ଖବରକାଗଜ ଓ ରେଡ଼ିଓ ଚକୋଲେଟ ପାହାଳର "କେଳୁ ବେହେରା ମିଠା ବ୍ୟବସାୟୀ ମହାସଂଘ" ସହ ମିଶି ଏହାକୁ ଓଡ଼ିଶାରେ ଜନପ୍ରିୟ କରାଇଥିଲେ । ଭୁବନେଶ୍ୱରରେ ପାଳିତ ଏହି ଉତ୍ସବରେ ୧୦ରୁ ଅଧିକ ରସଗୋଲା ଦୋକାନରୁ ପାଳଙ୍ଗ, ପୋଦିନା, ଅମୃତଭଣ୍ଡା ଆଦି ନାନାଦି ଉପାଦାନ ଥାଇ ରସଗୋଲା ପରିବେଷଣ କରିଥିଲେ । ରସଗୋଲା ଓଡ଼ିଶାର ପୁରୀ ସହରରୁ କ୍ଷୀରମୋହନ ଭାବେ ଜନ୍ମିଥିବାର ଜଣାଯାଏ । ନଥିକରଣର ଅଭାବ ହେତୁ ସଠିକ ମସିହା ଲିପିବଦ୍ଧ ହୋଇପାରିନଥିଲା । ତେବେ ପୁରୀରୁ ଆରମ୍ଭ ହୋଇ ପରେ ଏହା କଟକର ସାଲେପୁର ଓ ଭୁବନେଶ୍ୱରର ପାହାଳଠାରେ ପୁରୁଷ ପୁରୁଷ ଧରି ପରମ୍ପରାଗତ ବେଉସାରେ ପରିଣତ ହୋଇଥିଲା । ଜଗନ୍ନାଥ ମନ୍ଦିରଙ୍କ ରୋଷଘରେ ତିଆରି ହେଉଥିବା କ୍ଷୀରମୋହନ (ରସଗୋଲା) ପରେ ପଶ୍ଚିମ ବଙ୍ଗର ନବୀନ ଚନ୍ଦ୍ର ଦାସଙ୍କ ଦେଇ ପରିବର୍ତ୍ତିତ ହୋଇଥିଲା । ପ୍ରଥମ ରସଗୋଲା ଦିବସ ପାଳନ ଅବସରରେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କ ଦେଇ ପୁରୀ ବେଳାଭୂମିରେ ଏକ "ରସଗୋଲା ଦିବସ" ଲେଖାଥିବା ବାଲୁକାକଳା ନିର୍ମାଣ ହୋଇଥିଲା ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଭାରତର ସ୍ୱାଧୀନତା ଦିବସ ଏକ ଭାରତୀୟ ଜାତୀୟ ଦିବସ ଅଟେ । ୧୯୪୭ ମସିହାରେ ଭାରତ ଫିରିଙ୍ଗି ଶାସନରୁ ମୁକ୍ତ ହୋଇ ସ୍ୱତନ୍ତ୍ର ଗଣରାଜ୍ୟରେ ପରିଣତ ହୋଇଥିଲା । ତେଣୁ ଏହି ଦିନକୁ ମନେପକାଇବା ପାଇଁ ପ୍ରତିବର୍ଷ ପନ୍ଦର ଅଗଷ୍ଟକୁ ଭାରତର ସ୍ୱାଧୀନତା ଦିବସ ଭାବରେ ପାଳନ କରାଯାଇଥାଏ । ଏହା ଭାରତର ଏକ ପ୍ରଧାନ ଜାତୀୟ ଦିବସ । ଦେଶ ସାରା, ଏହି ଦିନ ପତାକା ଉତ୍ତୋଳନ କରଯାଇଥାଏ ଓ ଉତ୍ସବମାନ ଅୟୋଜନ କରାଯାଇଥାଏ । ରାଜଧାନୀ ଦିଲ୍ଲୀରେ ଏହି ଦିନ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କ ନିମନ୍ତେ ଜାତୀୟ ପତାକା ଉତ୍ତୋଳନ କରି ଅଭିଭାଷଣ ଦେଇଥାନ୍ତି ଯାହା ଦେଶସାରା ଟି.ଭି.ରେ ଦେଖାଯାଇଥାଏ । ଏହି ଅଭିଭାଷଣରେ ସେ ଦେଶର ପ୍ରଗତି, ଅସୁବିଧା ଓ ତାହାର ସମାଧାନ ଓ ଆଗକୁ ହେବାକୁ ଥିବା ଉନ୍ନତି ଆଦି ବିଷୟରେ ବଖାଣିଥାନ୍ତି । ଭାରତୀୟ ସ୍ୱାଧୀନତା ସଂଗ୍ରାମ ଓ ସଂଗ୍ରାମୀମାନଙ୍କ ଉପରେ ମଧ୍ୟ ସେ ଅଭିଭାଷଣ ରଖିଥାନ୍ତି ।
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ମହେଶ୍ୱର ମାଝି (୪ ମାର୍ଚ୍ଚ ୧୯୪୬ - ୨୭ ଅପ୍ରେଲ ୨୦୧୪) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ମହେଶ୍ୱର ଓଡ଼ିଶା ରାଜନୀତିରେ ଜନତା ପାର୍ଟି ଓ ଉତ୍କଳ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସେ ୩ଥର କାର୍ଯ୍ୟ କରିଥିଲେ । ୧୯୭୧, ୧୯୭୪ ଓ ୧୯୭୭ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପାଟଣା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୫ମ, ୬ଷ୍ଠ, ୭ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ପ୍ରମିଳା ମଲ୍ଲିକ (ଜନ୍ମ: ୪ ମାର୍ଚ୍ଚ ୧୯୬୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ୧୯୯୦ ମସିହାରେ ସେ ଓଡ଼ିଶା ବିଧାନ ସଭାର ୧୦ମ ସଭାକୁ ଜନତା ଦଳର ପ୍ରତିନିଧି ଭାବରେ ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ପ୍ରଥମ ଥର ପାଇଁ ନିର୍ବାଚିତ ହୋଇଥିଲେ । ପରବର୍ତ୍ତୀ ସମୟରେ ସେ ପୁଣିଥରେ ୨୦୦୦ ମସିହା ଓଡ଼ିଶା ସାଧାରଣ ନିର୍ବାଚନରେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ସେହି ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ଏହାପରେ ସେ ଲଗାତାର ୨୦୦୪ ମସିହାରେ ୧୩ଶ, ୨୦୦୯ ମସିହାରେ ୧୪ଶ ଏବଂ ୨୦୧୪ ମିସିହାରେ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ପ୍ରମିଳା ପ୍ରଥମଥର ପାଇଁ ୨୦୦୪ ମସିହାରେ ୧୩ଶ ଓଡ଼ିଶା ବିଧାନ ସଭାର ମନ୍ତ୍ରୀମଣ୍ଡଳରେ ମନ୍ତ୍ରୀ ହୋଇଥିଲେ । ସେ ମହିଳା ଓ ଶିଶୁ ବିକାଶ ବିଭାଗର ମନ୍ତ୍ରୀ ଥିଲେ ।
ଅତି ଗୁରୁତର ଘୂର୍ଣ୍ଣିବାତ୍ୟା ଫଣୀ ( /ˈfɒniː/; ବଙ୍ଗଳା: ফণী) ୨୦୧୯ ମସିହା ମଇ ମାସ ପ୍ରାରମ୍ଭରେ ଆସିଥିବା ଏକ ଶକ୍ତିଶାଳୀ କ୍ରାନ୍ତୀୟ ଘୁର୍ଣ୍ଣିବାତ୍ୟା । ଏହାକୁ ଫୋନୀ, ଫନି ଏବଂ ଫନୀ ନାମରେ ମଧ୍ୟ ଉଲ୍ଲେଖ କରାଯାଇଥାଏ । ଏହା ପୂର୍ବ ଭାରତରେ ପୁରୀଠାରେ ମଇ ମାସ ୩ ତାରିଖ ସକାଳରେ ଲ୍ୟାଣ୍ଡଫଲ କରିଥିଲା । ୨୦୧୯ ଉତ୍ତର ଭାରତୀୟ ମହାସାଗର ବାତ୍ୟା ଋତୁର ଫଣୀ ପଞ୍ଚମ ଗୁରୁତର ଝଡ଼ବାତ୍ୟା ଏବଂ ଚତୁର୍ଥ ନାମିତ ବାତ୍ୟା ଥିଲା । ଫଣୀ ପ୍ରଭାବରେ ଓଡ଼ିଶାର ପୁରୀ ଜିଲ୍ଲା ଏବଂ ଭୁବନେଶ୍ୱର ସର୍ବାଧିକ କ୍ଷତିଗ୍ରସ୍ତ ହୋଇଥିଲାବେଳେ ପାଖାପାଖି ଦେଢ଼ କୋଟିରୁ ଅଧିକ ଲୋକ ପ୍ରଭାବିତ ହୋଇଥିଲେ । ଓଡ଼ିଶାର ପ୍ରାୟ ୧୩ଟି ଜିଲ୍ଲାରେ ଏହି ବାତ୍ୟାଦ୍ୱାରା ପ୍ରଭାବିତ ହୋଇଥିଲା । ବଙ୍ଗଳାଦେଶରେ ଫଣୀ ଯୋଗୁଁ ୧୫ ଜଣଙ୍କର ମୃତ୍ୟୁ ଘଟିଥିଲା । ଓଡ଼ିଶାରେ ୪୧ ଜଣ ବ୍ୟକ୍ତିଙ୍କ ସମେତ ୩୪ ଲକ୍ଷ ୫୨ ହଜାର ପଶୁପକ୍ଷୀଙ୍କର ମୃତ୍ୟୁ ଘଟିଥିଲା ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ମିଳିତ ଜାତିସଂଘ ଗୋଟିଏ ଅନ୍ତଃ -ସରକାରୀ ଅନୁଷ୍ଠାନ ଯାହା ଅନ୍ତର୍ଜାତିକ ସହଯୋଗକୁ ବିକଶିତ କରିଥାଏ । ପୂର୍ବରୁ ନିଷ୍କ୍ରିୟ ଥିବା ଥିବା କେତେକ ରାଷ୍ଟ୍ରର ଗୋଷ୍ଠୀକୁ ପରିବର୍ତିତ ରୂପ ଦେଇ ୨୪ ଅକ୍ଟୋବର ୧୯୪୫ରେ ମିଳିତ ଜାତିସଂଘର ସଂସ୍ଥାପନା ହେଇଥିଲା । ଦ୍ୱିତୀୟ ମହାସମର ପରେ ଯେମିତି ସେପରି ନ ହୁଏ ସେତେବେଳେ ୫୧ଟି ସଦସ୍ୟ ରାଷ୍ଟ୍ରକୁ ନେଇ ଗଠନ ହେଇଥିବା ମିଳିତ ଜାତିସଂଘରେ ବର୍ତମାନ ସଦସ୍ୟ ସଂଖ୍ୟା ୧୯୩ । ମିଳିତ ଜାତିସଂଘର ମୁଖ୍ୟ କାର୍ଜ୍ୟାଳୟ ନିଉୟର୍କ ସହରର ମାନହାଟ୍ଟନଠାରେ ଅବସ୍ଥିତ । ଏହା ବ୍ୟତୀତ ଜେନେଭା , ନାଇରୋବି ,ଏବଂ ଭିଏନାରେ ମଧ୍ୟ ମୁଖ୍ୟ କାର୍ଜ୍ୟାଳୟ ସବୁ ରହିଛି ।ଏହି ସଂଗଠନ ସଦସ୍ୟ ରାଷ୍ଟ୍ର ସମୂହଙ୍କ ସ୍ୱେଚ୍ଛାକୃତ ଏବଂ ଆତ୍ମ ନିର୍ଧାରିତ ଅନୁଦାନଦ୍ୱାରା ପରିଚାଳିତ ହୁଏ । ଏହାର ମୂଳ ଲକ୍ଷ୍ୟ ହେଲା ଅନ୍ତର୍ଜାତିକ ଶାନ୍ତି ଓ ସୁରକ୍ଷା ବଜାୟ ରଖିବା , ମାନବିକ ଅଧିକାରର ଅଗ୍ରାଧିକାର , ସାମାଜିକ ଓ ଅର୍ଥନୈତିକ ସନ୍ତୁଳନ ରଖିବା , ପରିବେଶର ସୁରକ୍ଷା କରିବା ଓ ମରୁଡି ବା ପ୍ରକୃତିକ ଦୁର୍ବିପାକ ସମୟରେ ମାନବିକ ସାହାଯ୍ୟ ଯୋଗେଇଦେବା , ଓ ସାମରିକ ଦ୍ୱନ୍ଦର ସମାଧାନ କରିବା ।
ସାହିତ୍ୟରେ ଆଦର୍ଶବାଦ ପ୍ରଚାର କରିବା ଥିଲା ଜାତୀୟ କବି ସାରଳା ଦାସଙ୍କ ଅନ୍ୟତମ ଲକ୍ଷ୍ୟ । ସାମାଜିକ ଆଦର୍ଶବୋଧର ପ୍ରତିଷ୍ଠା ପାଇଁ ସେ ଆପଣାର ବିଶାଳ ଗ୍ରନ୍ଥ ମହାଭାରତର କଥନକ ମଧ୍ୟରେ ଯେଉଁଠେ ଅବକାଶ ପାଇଛନ୍ତି ଏହି ଆଦର୍ଶବୋଧକୁ ବିଭିନ୍ନ ଚରିତ୍ରରାଜିର ମୁଖରେ ପ୍ରଦାନ କରିଯାଇଛନ୍ତି । ସାରଳା ଦାସଙ୍କ ଉଲ୍ଲଖିତ ଆଦର୍ଶ ଥିଲା ସମସାମୟିକ ଉତ୍କଳର ସାମାଜିକ ଆଦର୍ଶ । ଏସବୁ ମୂଳରେ କବିଙ୍କ ଉଦ୍ଦେଶ୍ୟ ଥିଲା ସାଧାରଣ ଲୋକର ଚରିତ୍ର ଗଠନ ଏବଂ ନୈତିକ ଚେତନାର ଜାଗରଣ । କବିଙ୍କ ବିରଚିତ ମହାଭାରତ ତତ୍କାଳୀନ ଉତ୍କଳରେ ପ୍ରଚଳିତ ରାଶି ରାଶି ପ୍ରବାଦ ରୂପକ ସୁରଭିତ ସୁମନର ଏକ ନନ୍ଦନକାନନ । ବସ୍ତୁତଃ ବିଚାର କଲେ ଏସବୁ ପ୍ରବାଦ ଗୁଡିକ ମଧ୍ୟରୁ କେତେକ କବି କଳ୍ପନା ସମ୍ଭୂତ ଆଉ କେତେକ ତତ୍କାଳୀନ ଉତ୍କଳୀୟ ଲୋକ ମୁଖରେ ପ୍ରଚଳିତ କଥା । ଏସବୁ କବିଙ୍କ ପାଣ୍ଡିତ୍ୟ, ବହୁ ଶାସ୍ତ୍ର ଦର୍ଶିତା ତଥା ଦୂର ଦୃଷ୍ଟିର ସୁସମନ୍ୱୟରେ କବି ଲେଖନୀରେ ତାହା ମନୋଜ୍ଞ ଭାବେ ପ୍ରକାଶ ପାଇଛି । କବି ସ୍ୱକୀୟ ଅନୁଭୁତି ସଂଜାତ ବିଚାରବୋଧରୁ ଯେଉଁ ମହନୀୟ ଆଦର୍ଶବଳୀର ପ୍ରଚାର କରିଯାଇଛନ୍ତି ତାହାହିଁ ତାଙ୍କର ଆଦର୍ଶଗତ ଐକାନ୍ତିକତାର ଯଥାର୍ଥ ପରିଚାୟକ । କବିଙ୍କ ଏହି ଆଦର୍ଶବୋଧ କେତେବେଳେ ପ୍ରଚାର ଧର୍ମତାକୁ ଆଶ୍ରୟ କରିଛି ତ କେତେବେଳେ ବିଭିନ୍ନ ଲୋକ କଥା ଦେଇ ଆତ୍ମ ପ୍ରକାଶ କରିଛି । ନୀତି ବାଣୀ ବା ନୀତି ଉପଦେଶ ସୁସ୍ଥ ସୁନ୍ଦର ଜୀବନଚର୍ଯ୍ୟାର ମହାର୍ଘ ଉପାଦାନ ହେଲେ ସୁଦ୍ଧା ସାହିତ୍ୟିକ ରସାବେଦନ ଦୃଷ୍ଟିରୁ ତାହା ନିରସ ଓ ଶୁଷ୍କ ପ୍ରତୀୟମାନ ହୋଇଥାଏ । ଏଣୁ ଏହି ରସ ଶୂନ୍ୟ ଉପଦେଶାବଳୀକୁ ସରସ ଓ ସ୍ୱାଦିଷ୍ଟ କରିବା ଲକ୍ଷ୍ୟରେ କବି ଲୋକ ପ୍ରଚଳିତ ପ୍ରବାଦ ଗୁଡିକୁ ମାଧ୍ୟମ ରୂପେ ଗ୍ରହଣ କରିଛନ୍ତି । ସ୍ୱକୀୟ ପୁରାଣ ଗର୍ଭିତ ବିଭିନ୍ନ ଉପାଖ୍ୟାନ ତଥା ଚରିତ୍ରାବଳୀର କର୍ମ କୁଶଳତାକୁ ଜନଚିତ୍ତଗ୍ରାହୀ ପ୍ରବାଦ ମାଧ୍ୟମରେ ପ୍ରକାଶ ପୂର୍ବକ ସୁପରିକଳ୍ପିତ ଆଦର୍ଶବୋଧକୁ ପ୍ରଚାର କରିଯାଇଛନ୍ତି ।
ଭାରତର ସଂସ୍କୃତି ବହୁ ଜିନିଷକୁ ମିଶାଇକରି ତିଆରି ହୋଇଛି , ଯେଉଁଥିରେ ଭାରତର ଲମ୍ବା ଇତିହାସ , ବିଲକ୍ଷଣ ଭୂଗୋଳ ଏବଂ ସିନ୍ଧୁ-ଘାଟୀର ସଭ୍ୟତା ଅନୁଶାରେ ତିଆରି ହୋଇଥିଲା ଏବଂ ଆଗକୁ ଚାଲି ବୈଦିକ ରୀତିରେ ବିକଶିତ ହୋଇଥିଲା , ବୌଦ୍ଧ ଧର୍ମ ,ସ୍ୱର୍ଣ୍ଣ ଯୁଗର ଆରମ୍ଭ ଏବଂ ତାହାର ଅସ୍ତଗମନ ସହିତ ଆମର ନିଜ ପ୍ରାଚୀନ ବିରାସତ ମଧ୍ୟ ସାମିଲ ହୋଇଛି । ଏହା ସହିତ ପଡୋଶୀ ଦେଶର ରିବାଜ , ପରମ୍ପରା ଏବଂ ବିଚାରର ମଧ୍ୟ ଏଥିରେ ସମାବେଶ ହୋଇଛି । ପାଞ୍ଚ ସହସ୍ତ୍ରାଦ୍ୱିୟ ପୂର୍ବରୁ ଅଧିକ ସମୟରେ ଭାରତର ରୀତି-ରିବାଜ , ଭାଷା , ପ୍ରଥା ଏବଂ ପରମ୍ପରା ଏହାର ଉଭୟରେ ପରସ୍ପର ସମ୍ବନ୍ଧରେ ମହଣ ବିବିଧତାର ଏକ ଅଦ୍ୱିତୀୟ ଉଦାହରଣ ଦେଇଥାଏ । ଭାରତ ବହୁ ଧାର୍ମିକ ପ୍ରଣାଳୀ (religious systems), ଯେପରି ହିନ୍ଦୁ ଧର୍ମ , ଜୈନ ଧର୍ମ , ବୌଦ୍ଧ ଧର୍ମ ଏବଂ ଶିଖ ଧର୍ମ ପରି ଧର୍ମ ମାନଙ୍କର ଜଣକ ଅଟେ । ଏହି ମିଶ୍ରଣରେ ଭାରତରେ ଉତ୍ପନ୍ନ ହେଉଥିବା ବିଭିନ୍ନ ଧର୍ମ ଏବଂ ପରମ୍ପରା (traditions) ବିଶ୍ୱର ଅଲଗା-ଅଲଗା ଅଂଶକୁ ମଧ୍ୟ ବହୁ ପ୍ରଭାବିତ କରିପାରିଛି ।
ବରାହମିହିର (ସନ ୫୦୫- ସନ ୫୮୭) ହେଉଛନ୍ତି ଜଣେ ମହାନ୍ ଭାରତୀୟ ଗଣିତଜ୍ଞ, ଜ୍ୟୋତିର୍ବିଦ ଓ ଖଗୋଳ ବିଜ୍ଞାନୀ। ସେ କେବଳ ବରାହ ବା ମିହିର ଭାବେ ମଧ୍ୟ ପରିଚିତ। ତାଙ୍କର ଜନ୍ମ ଉଜ୍ଜୟିନୀରେ ହୋଇଥିଲା ।ପିତା ଆଦିତ୍ୟଦାସଙ୍କ ଠାରୁ ପାରମ୍ପାରିକ ଗଣିତ ଏବଂ ଜ୍ୟୋତିଷ ଶାସ୍ତ୍ର ଅଧ୍ୟୟନ କରି ସେଥିରେ ଅନେକ ସଂସ୍କାର ଆଣିଥିଲେ। ଗୁପ୍ତ ସାମ୍ରାଜ୍ୟର ବିକ୍ରମାଦିତ୍ୟ(ଚନ୍ଦ୍ରଗୁପ୍ତ-୨ୟ)ଙ୍କ ରାଜସଭାରେ ସେ ନବରତ୍ନଙ୍କ ମଧ୍ୟରେ ସ୍ଥାନ ପାଇଥିଲେ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ବିଜୟ ମିଶ୍ର (ଜନ୍ମ ୧୬ଜୁଲାଇ ୧୯୩୬) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଛନ୍ତି । ଶ୍ରୀ ମିଶ୍ର, ଏଯାବତ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିସାରିଛନ୍ତି । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନ ପାଇଁ ମନୋନୀତ ହୋଇଛନ୍ତି ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ୱାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ମହାଶ୍ୱେତା ରାୟ ଜଣେ ଓଡ଼ିଆ କଥାଚିତ୍ର ଅଭିନେତ୍ରୀ ଓ ନୃତ୍ୟଶିଳ୍ପୀ । ସେ ଓଡ଼ିଆ ଓ ବଙ୍ଗଳା ସିନେମାରେ ଅଭିନୟ କରିଛନ୍ତି । ସେ ଓଡ଼ିଆ ସାହିତ୍ୟିକ ରାଜକିଶୋର ରାୟଙ୍କ ଝିଅ ଓ ଓଡ଼ିଆ ସିନେମା ମାଳବିକା ରାୟ ଓ ମନସ୍ୱିନୀ ରାୟଙ୍କ ସାନ ଭଉଣୀ । ରାୟ ନିଜ ଅଭିନୟ କାଳରେ ୫୦ରୁ ଓଡ଼ିଆ ତଥା ବଙ୍ଗଳା ଓ ତେଲୁଗୁ ସିନେମାରେ ଅଭିନୟ କରିସାରିଛନ୍ତି । ତାଙ୍କ ଅଭିନୟ ନିମନ୍ତେ ସେ ଜୟଦେବ ପୁରସ୍କାର ଓ ଫିଟଫାଟ ବାଇସ୍କୋପ ପୁରସ୍କାରରେ ସମ୍ମାନୀତ ।
ନାରାୟଣ ସାହୁ (ଜନ୍ମ ୨୫ ନଭେମ୍ବର ୧୯୫୫) ଜଣେ ଓଡ଼ିଆ ଅଧ୍ୟାପକ ଓ ନାଟ୍ୟକାର । ଏଯାବତ ତାଙ୍କର ୨୦ରୁ ଉର୍ଦ୍ଧ ନାଟକ ପ୍ରକାଶିତ ହୋଇସାରିଛି । ସେ ଉତ୍କଳ ବିଶ୍ୱବିଦ୍ୟାଳୟରେ ସେ ଅଧ୍ୟାପନା କରିଛନ୍ତି । ତାଙ୍କର ନାଟକ ଆଶ୍ରା ଖୋଜି ବୁଲୁଥିବା ଇଶ୍ୱର ପାଇଁ ତାଙ୍କୁ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ଆକାଶବାଣୀ ନାଟ୍ୟକାର ପୁରସ୍କାର, ଝଙ୍କାର ନାଟକ ପୁରସ୍କାର ଓ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାରରେ ସମ୍ମାନୀତ ।
ହିରୋଇନ (ଇଂରାଜୀ ଭାଷାରେ Heroin ଅନ୍ୟ ନାମ diamorphine, ଏକ ଓପିଅଏଡ (opioid) ଯାହା ଏକ ଆନନ୍ଦବର୍ଦ୍ଧକ ଗୁଣ ଯୋଗୁ ଏକ ମନୋରଞ୍ଜନକାରୀ ଔଷଧ (recreational drug) ରୂପେ ବ୍ୟବହାର କରାଯାଏ । ଡାକ୍ତରୀ ଚିକିତ୍ସାରେ ଏହା ଏକ କଷ୍ଟ ନିବାରକ ଔଷଧ ଓ ଦୀର୍ଘକାଳୀନ ଓପିଅଏଡ ପ୍ରତିସ୍ଥାପନ ଥେରାପିରେ କାଉନସେଲିଙ୍ଗ ସହିତ ବ୍ୟବହାରକାରୀଙ୍କୁ ରକ୍ଷଣାବେକ୍ଷଣ ବା ମେଣ୍ଟେନାନ୍ସ ନିମନ୍ତେ ଦିଆଯାଏ । ହିରୋଇନ ଶିରାଭ୍ୟନ୍ତରରେ (injection into a vein) ଦିଆଯାଏ କିନ୍ତୁ ଏହାର ଧୂମ୍ର ପାନ କରିହୁଏ ବା ଏହାକୁ ଆଘ୍ରାଣ କରିହୁଏ । ଏହା ପ୍ରଭାବ ତୁରନ୍ତ ଆରମ୍ଭ ହୁଏ ଓ କିଛି ଘଣ୍ଟା ପର୍ଯ୍ୟନ୍ତ ରହେ ।ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟା ମଧ୍ୟରେ ଶ୍ୱାସକ୍ରିୟା କମିଯାଏ ଓ ହିରୋଇନ ନେଉଥିବା ଲୋକଙ୍କ ମଧ୍ୟରୁ ଏକ ଚତୁର୍ଥାଂଶ ଲୋକ ନିର୍ଭରଶୀଳ (physically dependent) ହୋଇଯାଆନ୍ତି । ଅନ୍ୟାନ୍ୟ ପାର୍ଶ୍ୱ ପ୍ରତିକ୍ରିୟା ମଧ୍ୟରେ ପୂଜ ଜମିବା, ଏଣ୍ଡୋକାର୍ଡ଼ାଇଟିସ (infected heart valves), ରକ୍ତବାହୀ ସଂକ୍ରମଣ, କୋଷ୍ଠକାଠିନ୍ୟ ଓ ନିମୋନିଆ ମୂଖ୍ୟତଃ ଦେଖାଯାଏ । ଦୀର୍ଘକାଳୀନ ବ୍ୟବହାରର ଇତିହାସ ଥିଲେ ବ୍ୟବହାର ବନ୍ଦ କରିବାର କିଛି ଘଣ୍ଟା ମଧ୍ୟରେ ପ୍ରତ୍ୟାହାର ଲକ୍ଷଣ ବାହାରିବା ଆରମ୍ଭ ହୋଇଯାଏ । ଶିରାଭ୍ୟନ୍ତର ସଂଚାଳନ ପରେ ସମତୁଲ ମାତ୍ରାର ମର୍ଫିନ ଅପେକ୍ଷା ହିରୋଇନର ପ୍ରଭାବ ୨ରୁ ୩ଗୁଣ ଅଧିକ ହୁଏ । ଧଳା ବା ମାଟିଆ ରଙ୍ଗର ପାଉଡର ଆକାରରେ ହିରୋଇନ ମିଳେ । ହିରୋଇନ ଚିକିତ୍ସାରେ ନିଶା ଚିକିତ୍ସା (heroin addiction) ସହିତ ବ୍ୟବହାରିକ ଥେରାପି (behavioral therapy) ଓ ଔଷଧ ଦିଆଯାଏ । ଏଥିରେ ମେଥାଡନ ବା ନାଲଟ୍ରେକ୍ସନ (naltrexone) ଔଷଧ ବ୍ୟବହାର କରାଯାଏ । ହିରୋଇନ ଅଧିକ ମାତ୍ରା ହୋଇଥିଲେ ନାଲୋକ୍ସୋନ (naloxone) ଦେଇ ଚିକିତ୍ସା କରାଯାଏ । ହିସାବ ଅନୁସାରେ ପ୍ରାୟ ୧୭ ନିୟୁତ ଲୋକ ଅଧୁନା ହିରୋଇନ ସେବନ କରୁଛନ୍ତି ଓ ଏତଦ୍ୱାରା ସନ ୨୦୧୫ରେ ୧୨୨,୦୦୦ମୃତ୍ୟୁ ହୋଇଛି । ଯୁକ୍ତରାଷ୍ଟ୍ର ଆମେରିକାର ୧.୬% ଲୋକ କୌଣସି ସମୟରେ ହିରୋଇନ ସେବନ କରୁଛନ୍ତି । ଔଷଧ ସମ୍ପର୍କୀୟ ମୃତ୍ୟୁ ମଧ୍ୟରେ ଓପିଅଏଡ ସର୍ବାଧିକ ସାଧାରଣ କାରଣ ହୋଇଛି ।ସନ ୧୮୭୪ରେ ଚାର୍ଲସ ରୋମଲେ ଆଲଡର ରାଇଟ ପ୍ରଥମେ ପାପାଭର ସୋମ୍ନିଫେରମର (opium poppy) ପ୍ରାକୃତିକ ଉପାଦାନ ମର୍ଫିନରୁ ହିରୋଇନ ପ୍ରସ୍ତୁତ କରିଥିଲେ । ଆନ୍ତର୍ଜାତୀୟ କ୍ଷେତ୍ରରେ ହିରୋଇନ ଏକ ନିୟନ୍ତ୍ରିତ ଔଷଧ । ଏହାର ତିଆରି, ବିନା ଲାଇସେନ୍ସରେ ବିକ୍ରୟ ବେଆଇନ (illegal) । ସନ ୨୦୧୫ରେ ପୃଥିବୀରେ ଉତ୍ପାଦିତ ସମୁଦାୟ ଅଫିମର ୬୬% କେବଳ ଆଫଗାନିସ୍ଥାନ ଦେଶରେ ପ୍ରସ୍ତୁତ ହୋଇଥିଲା । ଅନେକ ସମୟରେ ବେଆଇନ ଭାବରେ ବିକ୍ରୟ କରାଯାଉଥିବା ହିରୋଇନ ସହିତ ଚିନି ବା ସ୍ଟ୍ରିକନିନ (strychnine) ମଶ୍ରିତ କରାଯାଏ ।