ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
କବାଡି ଭାରତର ବିଭିନ୍ନ ଅଞ୍ଚଳରେ ଖେଳା ଯାଉଥିବା ଏକ ଲୋକପ୍ରିୟ ଖେଳ । ଏହା ସର୍ବପ୍ରଥମେ ଭାରତରୁ ଆରମ୍ଭ ହୋଇଥିବାର ନଜିର ରହିଛି । ଭାରତରେ ବିଭିନ୍ନ ପର୍ବ ପାଳନ ଅବସରରେ ତଥା ଅନ୍ୟ ସମୟରେ ଆମୋଦ ପାଇଁ ମଧ୍ୟ ଖେଳା ଯାଇଥାଏ । ଭାରତ ଛଡା ବିଭିନ୍ନ ସ୍ଥାନରେ ଏହି ଖେଳକୁ ଭିନ୍ନ ଭିନ୍ନ ଆଞ୍ଚଳିକ ନାମରେ ଲୋକମାନେ ଜାଣନ୍ତି । ବଙ୍ଗଳାଦେଶରେ ଏହି ଖେଳକୁ ହୁହୁଡୁ , ମାଳଦ୍ୱୀପରେ ଏହାକୁ ବାନାଟି , ଆନ୍ଧ୍ରପ୍ରଦେଶରେ ଏହାକୁ ଚୀଡୁଗୁଡୁ , ତାମିଲନାଡୁରେ ସାଡୁଗୁଡୁ ଆଦି ନାମରେ ଜଣାଯାଇଥାଏ । ଏହି ଖେଳଟି ବଙ୍ଗଳାଦେଶରେ ଜାତୀୟ ଖେଳ ଭାବରେ ଆଦୃତ ହୋଇଛି । ଏହାକୁ ଅଧିକ ଲୋକପ୍ରିୟ କରିବା ପାଇଁ ଏବେ ଭାରତରେ ଜାତୀୟ ସ୍ତରରେ ପ୍ରୋ କବାଡି ଲିଗ(Pro Kabaddi League) ଆୟୋଜନ କରାଯାଉଛି । ଯଦିଓ ଏହାର ନାମର ଉତ୍ପତ୍ତିକୁ ନେଇ ସେପରି କିଛି ନିର୍ଦ୍ଧିଷ୍ଟ ପ୍ରମାଣ ଆଜିଯାଏଁ ମିଳି ପାରିନାହିଁ , ତଥାପି ଉତ୍ତର ଭାରତରୁ ଏହାର ଉତ୍ପତ୍ତି ବିଷୟରେ ସୂଚନା ମିଳେ । ତାମିଲ ଶବ୍ଦ "କାଭିଡି"(ତାମିଲ ଅର୍ଥ ଅଧା ନଇଁ କରି ଖେଳିବାକୁ ବୁଝାଏ) କିମ୍ବା "କାଇ-ପିଡି"(ହାତକୁ ହାତ ଧରିକରି ଖେଳିବାକୁ ବୁଝାଏ )ରୁ "କବାଡି'" ଶବ୍ଦ ଆସିଥିବା ଅନୁମାନ କରାଯାଏ ।
ସୁରମା ପାଢ଼ୀ (ଜନ୍ମ: ୨୯ ଡିସେମ୍ବର ୧୯୬୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟି ରାଜନୈତିକ ଦଳ ସହ ସଂପୃକ୍ତ ଅଛନ୍ତି । ସୁରମା ଓଡ଼ିଶା ବିଧାନ ସଭାକୁ ଜଣେ ବିଧାୟିକା ଭାବରେ ନିର୍ବାଚିତ ହୋଇଥିଲେ । ୨୦୦୪ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଗୁରୁବାର ହେଲା ସପ୍ତାହର ଏକ ଦିନ ଯାହା ବୁଧବାର ପରେ ଓ ଶୁକ୍ରବାର ପୂର୍ବରୁ ଆସେ । ଗୁରୁବାର ଦିନ ମା'ଲକ୍ଷ୍ମୀ ଓ ଭଗବାନ ବିଷ୍ଣୁଙ୍କୁ ପୂଜା କରାଯାଏ । ଗ୍ରହରାଜ ବୃହସ୍ପତି ହେଉଛନ୍ତି ଏହି ଦିବସର ଆରାଧ୍ୟ ଦେବତା । ଗ୍ରହ ଶାନ୍ତି ନିମନ୍ତେ ଚୈତ୍ର, ଭାଦ୍ରବ ଏବଂ କାର୍ତ୍ତିକ ମାସରେ ବ୍ରତ କରାଯାଏ । ଗୁରୁବାର ଦିନ ହଳଦିଆ ରଙ୍ଗର ବସ୍ତ୍ର ପିନ୍ଧି ସେହି ରଙ୍ଗର ସାମଗ୍ରୀ ଦାନ କରାଯାଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଶନିବାର ହେଲା ସପ୍ତାହର ଏକ ଦିନ ଯାହା ଶୁକ୍ରବାର ପରେ ଓ ରବିବାର ପୂର୍ବରୁ ଆସେ । ଶନି, ରାହୁ ଓ କେତୁ ଗ୍ରହଙ୍କ କୋପରୁ ରକ୍ଷା ପାଇବା ପାଇଁ ଶନିବାର ଉପବାସ କରନ୍ତି । ଗ୍ରହ ଶାନ୍ତି ପାଇଁ କଳାରାଶି, ରାଶିତେଲ, କଳାବସ୍ତ୍ର ଏବଂ ଲୁହା ଜିନିଷ ଦାନ କରାଯାଏ । ଶନିବାର ପ୍ରାତଃକାଳରେ ଓସ୍ତଗଛ ମୂଳରେ ଜଳ ଦାନ କରାଯାଏ । ଏହିଦିନ କଳାଗାଈକୁ ରାଶିତେଲ ଓ ଅଟାର ମିଶ୍ରଣ ଖାଇବାକୁ ଦେଲେ ସୁଫଳ ମିଳିଥାଏ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଭାରତର ସ୍ୱାଧୀନତା ଦିବସ ଏକ ଭାରତୀୟ ଜାତୀୟ ଦିବସ ଅଟେ । ୧୯୪୭ ମସିହାରେ ଭାରତ ଫିରିଙ୍ଗି ଶାସନରୁ ମୁକ୍ତ ହୋଇ ସ୍ୱତନ୍ତ୍ର ଗଣରାଜ୍ୟରେ ପରିଣତ ହୋଇଥିଲା । ତେଣୁ ଏହି ଦିନକୁ ମନେପକାଇବା ପାଇଁ ପ୍ରତିବର୍ଷ ପନ୍ଦର ଅଗଷ୍ଟକୁ ଭାରତର ସ୍ୱାଧୀନତା ଦିବସ ଭାବରେ ପାଳନ କରାଯାଇଥାଏ । ଏହା ଭାରତର ଏକ ପ୍ରଧାନ ଜାତୀୟ ଦିବସ । ଦେଶ ସାରା, ଏହି ଦିନ ପତାକା ଉତ୍ତୋଳନ କରଯାଇଥାଏ ଓ ଉତ୍ସବମାନ ଅୟୋଜନ କରାଯାଇଥାଏ । ରାଜଧାନୀ ଦିଲ୍ଲୀରେ ଏହି ଦିନ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କ ନିମନ୍ତେ ଜାତୀୟ ପତାକା ଉତ୍ତୋଳନ କରି ଅଭିଭାଷଣ ଦେଇଥାନ୍ତି ଯାହା ଦେଶସାରା ଟି.ଭି.ରେ ଦେଖାଯାଇଥାଏ । ଏହି ଅଭିଭାଷଣରେ ସେ ଦେଶର ପ୍ରଗତି, ଅସୁବିଧା ଓ ତାହାର ସମାଧାନ ଓ ଆଗକୁ ହେବାକୁ ଥିବା ଉନ୍ନତି ଆଦି ବିଷୟରେ ବଖାଣିଥାନ୍ତି । ଭାରତୀୟ ସ୍ୱାଧୀନତା ସଂଗ୍ରାମ ଓ ସଂଗ୍ରାମୀମାନଙ୍କ ଉପରେ ମଧ୍ୟ ସେ ଅଭିଭାଷଣ ରଖିଥାନ୍ତି ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଶୁକ୍ରବାର ହେଲା ସପ୍ତାହର ଏକ ଦିନ ଯାହା ଗୁରୁବାର ପରେ ଓ ଶନିବାର ପୂର୍ବରୁ ଆସେ । ହିନ୍ଦୁ ଧାର୍ମିକ ପରମ୍ପରାରେ ଶୁକ୍ରବାର ଶକ୍ତିମାତା ଏବଂ ଗ୍ରହଦେବତା ଶୁକ୍ରଙ୍କୁ ସମର୍ପିତ I ଶକ୍ତିଙ୍କ ସ୍ୱରୂପ ହେଲେ ଦେବୀ ମାତା ଦୁର୍ଗା ଏବଂ ତାଙ୍କର ଅବତାର କାଳୀ, ଅନ୍ନପୂର୍ଣ୍ଣେଶ୍ୱରୀ ଏବଂ ସନ୍ତୋଷୀ I ଏହି ଦିନ ମୁଖ୍ୟତଃ ଦେବୀ ସନ୍ତୋଷୀ ମାତାଙ୍କ ସମ୍ମାନର୍ଥେ ବ୍ରତଧାରଣ କରାଯାଇଥାଏ I ଏହି ବ୍ରତ-ଉପବାସ ‘ଷୋହଳ ଶୁକ୍ରବାର ବ୍ରତ’ ଭାବେ ସମଗ୍ର ଭାରତରେ ପ୍ରସିଦ୍ଧ I କାରଣ ବ୍ରତଧାରୀମାନେ କ୍ରମାଗତ ଭାବେ ୧୬ଟି ଶୁକ୍ରବାରରେ ଉପବାସ ପାଳନ କରିଥା‘ନ୍ତି I ମା'ସନ୍ତୋଷୀଙ୍କୁ ପୂଜା କଲେ ସୁଖ, ଶାନ୍ତି ପ୍ରାପ୍ତି ସହ ମନସ୍କାମନା ପୂର୍ଣ୍ଣ ହୁଏ ବୋଲି ବିଶ୍ୱାସ ରହିଛି । ଯେକୌଣସି ମାସର ଶୁକ୍ଳପକ୍ଷରୁ ଏହି ବ୍ରତ ଆରମ୍ଭ କରାଯାଇଥାଏ । ଏହିଦିନରେ ଶୁଭ୍ର-ଶ୍ୱେତ ବର୍ଣ୍ଣକୁ ଗୁରୁତ୍ୱ ଦିଆଯାଏ I ଏହିଦିନରେ ଶକ୍ତିଙ୍କର ଉପାସନା ଅତ୍ୟନ୍ତ ପବିତ୍ର କର୍ମବିଶେଷ I ଭାରତର ବିଭିନ୍ନ ଅଞ୍ଚଳରେ ଥିବା ଶକ୍ତି ଉପାସନା ଧର୍ମପୀଠ ଗୁଡ଼ିକରେ ଏହିଦିନ ପ୍ରବଳ ଜନସମାଗମ ହୋଇଥାଏ I ଭକ୍ତ-ଶ୍ରଦ୍ଧାଳୁମାନେ ଶ୍ୱେତବସ୍ତ୍ର ପରିଧାନପୂର୍ବକ ପୂଜାପାଠ କରିଥା’ନ୍ତି I ସୂର୍ଯ୍ୟୋଦୟ ପୂର୍ବରୁ ଉପବାସ ଆରମ୍ଭ ହୋଇ ଭଙ୍ଗ କରାଯାଏ ସୂର୍ଯ୍ୟାସ୍ତ ପରେ I ବ୍ରତଧାରୀମାନେ କେବଳ ରାତ୍ରିଭୋଜନ ଗ୍ରହଣ କରିଥା’ନ୍ତି I ଦୁଗ୍ଧ ଏବଂ ଖିରି ଭଳି ଶ୍ୱେତବର୍ଣ୍ଣା ଖାଦ୍ୟ-ଦ୍ରବ୍ୟ ଗ୍ରହଣ କରିବା ବିଧି ସର୍ବତ୍ର ପ୍ରଚଳିତ । ମା'ସନ୍ତୋଷୀଙ୍କ ବ୍ରତଧାରୀଙ୍କୁ ଶୁକ୍ରବାର ଦିନ ଖଟା ଓ ଆମିଷ ଖାଦ୍ୟ ବାରଣ କରାଯାଇଥାଏ । ବ୍ରତ ଶେଷରେ ହଳଦି, ଗୁଡ଼ ଓ ଚଣାର ଭୋଗ ଲଗାଯାଏ ।
ସୋମବାର ହେଲା ସପ୍ତାହର ଏକ ଦିନ ଯାହା ରବିବାର ପରେ ଓ ମଙ୍ଗଳବାର ପୂର୍ବରୁ ଆସେ । ଏହାକୁ ସପ୍ତାହର ପ୍ରଥମ ଦିନ ଭାବେ ଗଣାଯାଏ ଓ କାର୍ଯ୍ୟାଳୟ ଗୁଡିକରେ ଏହି ଦିନ କାମ ଆରମ୍ଭ ହୁଏ । ସୁଖୀ ଦାମ୍ପତ୍ୟ ଜୀବନ ତଥା ସନ୍ତାନ ପ୍ରାପ୍ତି ପାଇଁ ଏହିଦିନ ଭଗବାନ ଶିବ ଓ ମା'ପାର୍ବତୀଙ୍କୁ ପୂଜା କରାଯାଏ । ଭଗବାନ ଶିବଙ୍କୁ ଧଳାଫୁଲ, ବେଲପତ୍ର ଚଢାଇବା ସହ ଶିବସ୍ତୋତ୍ର, ଶିବଚାଳିଶା, ରୁଦ୍ରାଷ୍ଟକ ମନ୍ତ୍ର ଜପ କରାଯାଏ । ଥଣ୍ଡାଜନିତ ବିଭିନ୍ନ ରୋଗରୁ ରକ୍ଷା ପାଇବା ପାଇଁ ସୋମବାର ଦିନ ଚନ୍ଦ୍ରଙ୍କ ବ୍ରତ ରଖାଯାଏ ।
ରସଗୋଲା ଛେନା ଓ ଚିନିରୁ ତିଆରି ଏକ ସିରାଯୁକ୍ତ ମିଠା ଓ ଏହା ଭାରତୀୟ ଉପମହାଦେଶ ଓ ଦକ୍ଷିଣ ଏସୀୟ ବଂଶୋଦ୍ଭବମାନେ ବାସ କରୁଥିବା ସ୍ଥାନଗୁଡ଼ିକରେ ଜଣାଶୁଣା । ଏହା ପେଣ୍ଡୁ ଆକାରରେ ହୋଇଥାଏ ଏବଂ ଛେନା ଓ ସୁଜିରୁ ତିଆରି ହୋଇ ଚିନି ସିରାରେ ଛଣାଯାଇଥାଏ । ସିରାରେ ରସଗୋଲା ସମ୍ପୂର୍ଣ୍ଣ ଭରିଯିବାଯାଏ ଏହାକୁ ଛଣାଯାଇଥାଏ । ଏହା ପୂର୍ବ ଭାରତରେ ଜନ୍ମଲାଭ କରିଥିଲା ଓ ଏବେର ଓଡ଼ିଶା ଓ ପଶ୍ଚିମବଙ୍ଗ ଏହାର ଜନ୍ମସ୍ଥାନ ବୋଲି ଅନେକ ଦାବୀ କରିଛନ୍ତି । ୨୦୧୬ ମସିହାରେ ଓଡ଼ିଶା ସରକାରଙ୍କଦ୍ୱାରା ସ୍ଥାପିତ ଏକ କମିଟି ରସଗୋଲାର ମୂଳ ଓଡ଼ିଶା ବୋଲି ପ୍ରମାଣ କରିଥିଲା । ରଥଯାତ୍ରାର ଶେଷକୁ ବାହୁଡ଼ା ପରେ ନୀଳାଦ୍ରୀ ବିଜେ ବେଳେ ଜଗନ୍ନାଥଙ୍କ ନିକଟରେ ରସଗୋଲା ଲାଗି କରାଯାଇଥାଏ । । ପଶ୍ଚିମବଙ୍ଗର କର୍ମକର୍ତ୍ତାମାନେ ଜଣାଇଥିଲେ ଯେ ସେମାନେ କେବଳ "ବଙ୍ଗଳାର ରସଗୋଲା" (ପଶ୍ଚିମବଙ୍ଗରେ ଜଣାଶୁଣା ଏକପ୍ରକାର ରସଗୋଲା) ଜିଓଗ୍ରାଫିକାଲ ଇଣ୍ଡିକେସନ ପାଇଁ ଆବେଦନ କରିଥିଲେ । ସେମାନେ ଜଣାଇଥିଲେ ଯେ ଏହା କେବଳ ସେମାନଙ୍କ ଆଞ୍ଚଳିକ ରସଗୋଲାକୁ ରକ୍ଷାକରିବା ପାଇଁ ଓ ଓଡ଼ିଶା ସହ ସେମାନଙ୍କ କୌଣସି ଦ୍ୱନ୍ଦ ନାହିଁ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
ପ୍ରଶାନ୍ତ ମହାସାଗର (Pacific Ocean) ପୃଥିବୀର ବୃହତ୍ତମ ଓ ଗଭୀରତମ ମହାସାଗର । ଏହାର ପଶ୍ଚିମରେ ଏସିଆ ଓ ଅଷ୍ଟ୍ରେଲିଆ ମହାଦେଶ ରହିଅଛି । ପୂର୍ବରେ ଉତ୍ତର ଆମେରିକା ଓ ଦକ୍ଷିଣ ଆମେରିକା ଅଛି । ଏହାର ଦକ୍ଷିଣରେ ଦକ୍ଷିଣ ମହାସାଗର (Antarctic Ocean ) ତଥା ଆଣ୍ଟାର୍କଟିକା ମହାଦେଶ ଏବଂ ଉତ୍ତରରେ ଉତ୍ତର ମହାସାଗର (Arctic Ocean) ରହିଛି । ପୃଥିବୀ ପୃଷ୍ଠର କ୍ଷେତ୍ରଫଳର ପ୍ରାୟ ଏକ ତୃତୀୟାଂଶ ଏହାର ଅନ୍ତର୍ଗତ । ଏହାର ହାରାହାରି ଗଭୀରତା ପ୍ରାୟ ୩୯୪୦ ମିଟର । ଏହି ମହାସାଗରରେ ଗୁଆମ ଦ୍ୱୀପ ନିକଟରେ ପୃଥିବୀର ଗଭୀରତମ ମ୍ୟାରିଆନା ଖାତ (Mariana Trench) ଅବସ୍ଥିତ । ଏହି ଖାତର ଗଭୀରତା ୧୧୦୩୫ ମିଟର । ପ୍ରଶାନ୍ତ ମହାସାଗରରେ (Pacific Ocean) ଛୋଟ ବଡ଼ ଅନେକଗୁଡ଼ିଏ ଦ୍ୱୀପ ରହିଛି । ଏମାନଙ୍କ ମଧ୍ୟରୁ ମୁଖ୍ୟ ଦ୍ୱୀପଗୁଡ଼ିକ ହେଉଛି:
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଭୁଟାନ ଦକ୍ଷିଣ ଏସିଆ ମହାଦେଶର ଭୁ-ପରିବେଷ୍ଟିତ ଏକ ଦେଶ। ଏହା ହିମାଳୟର ପୂର୍ବ ପାର୍ଶ୍ୱରେ ଅବସ୍ଥିତ।ଏହାର ଉତ୍ତରକୁ ଚୀନର ସ୍ୱାୟତ୍ତ ଅଞ୍ଚଳ ତିବେତ,ଭାରତର ସିକିମ୍ ରାଜ୍ୟ,ପଶ୍ଚିମକୁ ତିବେତ୍ର ଚୁମ୍ବି,ପୂର୍ବକୁ ଭାରତର ଅରୁଣାଞ୍ଚଳ ପ୍ରଦେଶ ଓ ଦକ୍ଷିଣକୁ ଭାରତର ଆସାମ ଘେରି ରହିଛି। ଭୂଟାନ ଦକ୍ଷିଣ ଏସିଆରେ ଅବସ୍ଥିତ ଓ ମାଲଦିଭେସ ପରେ ଏହା ଦ୍ୱିତୀୟ ଅଳ୍ପ ଜନାକୀର୍ଣ୍ଣ ଦେଶ।ଥିମ୍ପୁ ଏହାର ରାଜ୍ୟ ଓ ବୃହତ୍ତମ ସହର ଅଟେ ଯେଉଁଠାରେକି ଫୁଣ୍ଟସୋଲିଙ୍ଗ ଏହାର ଅର୍ଥନୈତିକ କ୍ଷେତ୍ର। ଏହା ତା'ର ଇତିହାସରେ କେବେ ମଧ୍ୟ ଉପନିବେଶ ସ୍ଥାପନ କରିପାରିନାହିଁ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
କାଳୀଚରଣ ପଟ୍ଟନାୟକ ଜଣେ ଆଧୁନିକ ଓଡ଼ିଆ ନାଟ୍ୟକାର, ଗୀତିକାର, କବି, ସଙ୍ଗୀତଜ୍ଞ ଓ ନୃତ୍ୟ ବିଶାରଦ ଥିଲେ । କାଳୀଚରଣ ପାରମ୍ପରିକ ଲୀଳା ନାଟକ ପ୍ରଦର୍ଶନ କରି ନିଜର ନାଟ୍ୟକାର ଜୀବନ ଅରମ୍ଭ କରିଥିଲେ । ୪ର୍ଥ ଦଶକ ବେଳକୁ ସେ ଆଧୁନିକ ମଞ୍ଚ ନାଟକ ଲେଖି ତାହାର ବିପଣନ କରିବା ଆରମ୍ଭ କରିଥିଲେ । ସେଥିପାଇଁ ୧୯୨୯ ମସିହାରେ "ସାକ୍ଷୀଗୋପାଳ ନାଟକ ସଂଘ' ଓ ୧୯୩୯ରେ "ଓଡ଼ିଶା ଥିଏଟର୍ସ' ନାମରେ ଏକ ରଙ୍ଗମଞ୍ଚ ଗଠନ କରି ଓଡ଼ିଶା ନାଟକାଭିନୟ ଜଗତର ପ୍ରସାର ଓ ଉନ୍ନତି କରିଥିଲେ । ତାଙ୍କର ଜନପ୍ରିୟ ନାଟକ ଗାର୍ଲ ସ୍କୁଲ (୧୯୩୯) ଓଡ଼ିଆ ମଞ୍ଚାଭିନୟରେ ନୂତନ ଯୁଗର ଆରମ୍ଭ କରିଥିଲା । ତାଙ୍କୁ ଆଧୁନିକ ଓଡ଼ିଆ ନାଟ୍ୟଶାସ୍ତ୍ରର ‘ଭରତମୁନି’ ବୋଲି ମଧ୍ୟ କୁହାଯାଏ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ୱାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ୱାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ପ୍ରମିଳା ମଲ୍ଲିକ (ଜନ୍ମ: ୪ ମାର୍ଚ୍ଚ ୧୯୬୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ୧୯୯୦ ମସିହାରେ ସେ ଓଡ଼ିଶା ବିଧାନ ସଭାର ୧୦ମ ସଭାକୁ ଜନତା ଦଳର ପ୍ରତିନିଧି ଭାବରେ ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ପ୍ରଥମ ଥର ପାଇଁ ନିର୍ବାଚିତ ହୋଇଥିଲେ । ପରବର୍ତ୍ତୀ ସମୟରେ ସେ ପୁଣିଥରେ ୨୦୦୦ ମସିହା ଓଡ଼ିଶା ସାଧାରଣ ନିର୍ବାଚନରେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ସେହି ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ଏହାପରେ ସେ ଲଗାତାର ୨୦୦୪ ମସିହାରେ ୧୩ଶ, ୨୦୦୯ ମସିହାରେ ୧୪ଶ ଏବଂ ୨୦୧୪ ମିସିହାରେ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ପ୍ରମିଳା ପ୍ରଥମଥର ପାଇଁ ୨୦୦୪ ମସିହାରେ ୧୩ଶ ଓଡ଼ିଶା ବିଧାନ ସଭାର ମନ୍ତ୍ରୀମଣ୍ଡଳରେ ମନ୍ତ୍ରୀ ହୋଇଥିଲେ । ସେ ମହିଳା ଓ ଶିଶୁ ବିକାଶ ବିଭାଗର ମନ୍ତ୍ରୀ ଥିଲେ ।