ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି lଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ୱବିଦ୍ୟାଳୟରୁ ଏଲ.ଏଲ.ଏମ.
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ସୁରମା ପାଢ଼ୀ (ଜନ୍ମ: ୨୯ ଡିସେମ୍ବର ୧୯୬୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟି ରାଜନୈତିକ ଦଳ ସହ ସଂପୃକ୍ତ ଅଛନ୍ତି । ସୁରମା ଓଡ଼ିଶା ବିଧାନ ସଭାକୁ ଜଣେ ବିଧାୟିକା ଭାବରେ ନିର୍ବାଚିତ ହୋଇଥିଲେ । ୨୦୦୪ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଜଗନ୍ନାଥ ମନ୍ଦିରରେ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କ ପାଖରେ ବିଭିନ୍ନ ପ୍ରକାର ଅନ୍ନବ୍ୟଞ୍ଜନ ଭୋଗ ହୋଇସାରି ବିମଳାଙ୍କ ନିକଟରେ ସମର୍ପଣ କରାଯିବା ପରେ ତାହାକୁ ମହାପ୍ରସାଦ (ଅବଢ଼ା ନାମରେ ମଧ୍ୟ ଜଣା) କୁହାଯାଏ । ଏହା ଅବଢ଼ା (ଏହା ବଢ଼ା ନହୋଇ ଗୋଟା କୁଡୁଆରେ ଠାକୁରମାନଙ୍କୁ ଅର୍ପଣ କରାଯାଉଥିବାକୁ ଏହାକୁ ଅବଢ଼ା (ବଢ଼ା ହୋଇନଥିବା) କୁହାଯାଇଥାଏ । ଅବଢ଼ା ନିର୍ମାଲ୍ୟ, ମାହାର୍ଦ୍ଦ ଓ କୈବଲ୍ୟ ନାମରେ ମଧ୍ୟ ଜଣା । କୈବଲ୍ୟ ଓ ଅବଢ଼ା ମଧ୍ୟରେ ପାର୍ଥକ୍ୟ ହେଉଛି, କୈବଲ୍ୟକୁ ଦୁଇ ଆଙ୍ଗୁଠିରେ ଅର୍ଥାତ କଣିକାଏ ଖାଇବାକୁ ହୁଏ; କିନ୍ତୁ ଅବଢ଼ା ମନମୁତାବକ ପେଟପୁରା ଖିଆଯାଏ ।
ଭୁବନାନନ୍ଦ ଜେନା (୬ ଜାନୁଆରୀ ୧୯୩୭ - ୪ ଡିସେମ୍ବର ୨୦୧୧) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ଓଡ଼ିଶା ରାଜନୀତିରେ ସେ ଭାରତୀୟ ଜାତୀୟ କଂଗ୍ରେସ ଓ ଜନ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ଓଡ଼ିଶା ବିଧାନ ସଭାରେ ସେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ । ୧୯୬୭ ଓ ୧୯୭୪ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଆନନ୍ଦପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୪ର୍ଥ ଓ ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଭୁବନେଶ୍ୱର ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ୱର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ୱର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ୱାରା ବିଶେଷ ଆଦୃତ ହୋଇଅଛି ।ଭୁବନେଶ୍ୱର ନାମଟି ଶିବଙ୍କ ଅନ୍ୟନାମ ତ୍ରିଭୁବନେଶ୍ୱର ନାମରୁ ଆସିଅଛି । ଭୁବନେଶ୍ୱର ୩୦୦୦ ବର୍ଷ ଆଗରୁ ମହାମେଘ ବାହନ ଚେଦି ବଂଶଦ୍ୱାରା ଆରମ୍ଭ ହୋଇଥିଲା ଯେଉଁମାନଙ୍କ ରାଜଧାନୀ ବର୍ତ୍ତମାନର ଭୁବନେଶ୍ୱର ପାଖ ଶିଶୁପାଳଗଡ଼ରେ ଥିଲା । ଭୁବନେଶ୍ୱର ତୋଷାଳୀ, କଳିଙ୍ଗ ନଗରୀ, ନଗର କଳିଙ୍ଗ, ଏକାମ୍ର କାନନ, ଏକାମ୍ର କ୍ଷେତ୍ର ଏବଂ ମନ୍ଦିର ମାଳିନୀ ନଗରୀ ନାମରେ ପ୍ରସିଦ୍ଧ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
କ୍ୟୁ.ଆର.କୋଡ଼ (QR code: Quick Response Code) ମାଟ୍ରିକ୍ସ ବାରକୋଡ଼ ନିମନ୍ତେ ଏକ ଟ୍ରେଡ ମାର୍କ ଯାହା ଜାପାନରେ ପ୍ରଥମେ ଅଟୋମୋଟିଭ ଇଣ୍ଡସ୍ଟ୍ରି ନିମନ୍ତେ ଡିଜାଇନ କରାଯାଇଥିଲା । ଏହା ମେସିନ ପଢ଼ିପାରିବା ଭଳି ଏକ ଅପ୍ଟିକାଲ ଲେବେଲ ଯେଉଁଥିରେ କୌଣସି ନିର୍ଦ୍ଦିଷ୍ଟ ବିଷୟର ବିବରଣୀ ଥାଏ ଯାହା ସହ ଏହା ସଂଯୁକ୍ତ ଥାଏ । ଏହି କୋଡ଼ ଚାରି ପ୍ରକାର (ନ୍ୟୁମେରିକ, ଆଲଫାନ୍ୟୁମେରିକ, ବାଇଟ/ବାଇନାରି ଓ କାଞ୍ଜି) ସ୍ଟାଣ୍ଡାର୍ଡ ଏନକୋଡିଙ୍ଗ ମୋଡଦ୍ୱାରା ଡାଟା ଷ୍ଟୋର କରିବାକୁ ବ୍ୟବହାର କରେ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ସ୍ତନ୍ୟପାୟୀ (ଇଂରାଜୀ: Mammal; ଶ୍ରେଣୀ Mammalia /məˈmeɪli.ə/) ସମୂହର ପ୍ରାଣୀମାନେ (ନାରୀ) ନିଜ ନବଜାତ ଶିଶୁକୁ ସ୍ତନ୍ୟ ପାନ କରାଇଥାନ୍ତି । ମହିଳାମାନଙ୍କ କ୍ଷେତ୍ରରେ ସ୍ତନ ଗ୍ରନ୍ଥି ଦେଖାଯାଇଥାଏ, ଯାହାକି ସରୀସୃପ କିମ୍ବା ପକ୍ଷୀମାନଙ୍କ କ୍ଷେତ୍ରରେ ଦେଖାଯାଇନଥାଏ । ସ୍ତନ୍ୟପାୟୀ ସମୂହର ଚାରି କୋଠରି ବିଶିଷ୍ଟ ହୃତପିଣ୍ଡ ରହିଥାଏ ଓ ମସ୍ତିସ୍କ ଗଠନ ଅପେକ୍ଷାକୃତ ଉନ୍ନତ ହୋଇଥାଏ ।
ଓଡ଼ିଆ ଭାଗବତ ଜଗନ୍ନାଥ ଦାସଙ୍କ ରଚିତ ଓଡ଼ିଆ ଭାଷାର ଏକ ପୁରାତନ ସାହିତ୍ୟିକ ପୁରାଣ କୃତି । ଏହା ୧୪ଶ ଶତାବ୍ଦୀରେ ରଚିତ ।, ଭାଗବତ ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ଏହି ପୋଥିମାନଙ୍କୁ ଏକାଠି କରି ତାହାକୁ ଛପା ବହି ଆକାରରେ ପ୍ରକାଶ କରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଟୁଙ୍ଗି ଓ ଭାଗବତ ଗାଦି/ଭାଗବତ ଗୋସାଇଁ ଆଦି ସାମୁହିକ ଭାଗବତ ପାଠ ପାଇଁ ରହିଥିଲା । ଜଗନ୍ନାଥଙ୍କ ପାଖେ ମଧ୍ୟ ଭାଗବତ ପଢ଼ାଯାଏ । ଏହା ଆଗ କାଳରେ ଭାଗବତ ଟୁଙ୍ଗି ମାନଙ୍କରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ହେତୁ ଏହା ଓଡ଼ିଆ ଘର ମାନଙ୍କରେ ବୋଲାଯାଇଥାଏ । ଭାଗବତ ପ୍ରତି ଓଡ଼ିଆ ଘରେ ସନ୍ତାନ ଜନ୍ମ ହେବା ଏନ୍ତୁଡ଼ିଶାଳରେ, ମୁମୂର୍ଷର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ, ମହାମାରୀ, ହଇଜା ଓ ଗ୍ରାମର ଅନିଷ୍ଟ ଆଶଙ୍କା ଭୟରେ ଭାଗବତ ପାଠ କରାଯାଉଥିଲା ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ୱାଇ-ଫାଇ (Wi-Fi) ହେଉଛି ଏକ ଟେକ୍ନୋଲୋଜି ବା ପ୍ରଯୁକ୍ତି, ଯାହାଦ୍ୱାରା ଇଲେକ୍ଟ୍ରିନିକ୍ସ୍ ଯନ୍ତ୍ରଗୁଡ଼ିକ ପରସ୍ପର ସହ ସଂଯୋଗ ସ୍ଥାପନ କରି ନିଜ ନିଜ ଭିତରେ ଯୋଗାଯୋଗ କରିଥାନ୍ତି । ଏହାର ପୁରା ନାମ ହେଉଛି ଓୟାର୍ଲେସ୍ ଫିଡେଲିଟି (Wireless Fidelity) । ଓୟାର୍ଲେସ୍ର ଅର୍ଥ ତାରବିହୀନ ଓ ଫିଡେଲିଟିର ଅର୍ଥ ଭରସା ବା ବିଶ୍ୱାସ । ଅର୍ଥାତ୍ ଏହି ବ୍ୟବସ୍ଥାରେ ଯନ୍ତ୍ରଗୁଡ଼ିକ ବିନା ତାରରେ ପରସ୍ପର ସହିତ ଭରସାଯୋଗ୍ୟ ସଂଯୋଗ ସ୍ଥାପନ କରିଥାନ୍ତି । ଇଲେକ୍ଟ୍ରିନିକ୍ସ୍ ଯନ୍ତ୍ରଗୁଡ଼ିକ ମଧ୍ୟରେ ଏହି ପ୍ରକାର ସଂଯୋଗକୁ ସଂଯୋଗବିହୀନ ସଂଯୋଗ ମଧ୍ୟ କୁହାଯାଇପାରେ । ଏହି ବ୍ୟବସ୍ଥାରେ ଏକ ନିର୍ଦ୍ଦିଷ୍ଟ ପରିସୀମା ମଧ୍ୟରେ ରହିଥିବା ମୋବାଇଲ୍, ଲାପ୍ଟପ୍ ଓ କମ୍ପ୍ୟୁଟର ଇତ୍ୟାଦି ଯନ୍ତ୍ରଗୁଡ଼ିକ ମଧ୍ୟରେ ତାରବିହୀନ ଇଣ୍ଟରନେଟଦ୍ୱାରା ଯୋଗାଯୋଗ ହୋଇଥାଏ । ଏହି ପ୍ରଯୁକ୍ତିର ବିଶେଷତ୍ୱ ହେଲା ସେବା ପ୍ରଦାନକାରୀ ଇଣ୍ଟର୍ନେଟ୍ ସଂସ୍ଥା (Internet Service Provider ବା ISP) ପକ୍ଷରୁ ଦିଆଯାଇଥିବା ଗତିଠାରୁ ଏହାର ତୀବ୍ରତା ଅଧିକ ରହିଥାଏ । ତେବେ ଏହି ତାରବିହୀନ ନେଟ୍ୱାର୍କ ତିଆରି କରିବା ପାଇଁ ଏକ ରାଉଟର୍ର ଆବଶ୍ୟକତା ପଡ଼ିଥାଏ । ରେଡ଼ିଓ ତରଙ୍ଗ ସାହାଯ୍ୟରେ ଏହି ପ୍ରଯୁକ୍ତି କାମ କରିଥାଏ । ସାଧାରଣତଃ ୨.୪ ଗିଗାହର୍ଜ ୟୁଏଚ୍ଏଫ୍ ଏବଂ ୬ ଗିଗାହର୍ଜ ଏସ୍ଏଚ୍ଏଫ୍ ବେତାର ତରଙ୍ଗ ମଧ୍ୟରେ ୱାଇ-ଫାଇ ଅନ୍ୟ ଇଲେକ୍ଟ୍ରିନିକ୍ସ୍ ଉପକରଣଗୁଡ଼ିକୁ ସଂଯୋଗ କରିଥାଏ ।ୱାଇ-ଫାଇ ବ୍ୟବସ୍ଥାଦ୍ୱାରା ତିଆରି କରାଯାଇଥିବା ନେଟ୍ୱାର୍କ୍କୁ WLAN (Wireless Local Area Network) କୁହାଯାଏ । ସୁରକ୍ଷା ଦୃଷ୍ଟିରୁ ୱାଇ-ଫାଇ ସାଧାରଣତଃ ଦୁର୍ବଳ । କାରଣ ଏଥିପାଇଁ କୌଣସି ତାର ସଂଯୋଗ କରିବାକୁ ପଡ଼ି ନ ଥାଏ । ସୁରକ୍ଷା ଦୃଷ୍ଟିକୋଣରୁ ରାଉଟର୍କୁ ନିର୍ଦ୍ଦେଶ ଦେବା ପାଇଁ ପାସ୍ୱାର୍ଡ଼୍ ବ୍ୟବସ୍ଥା କରାଯାଇଛି । ଏହି ପାସ୍ୱାର୍ଡ଼୍ଦ୍ୱାରା ୱାଇ-ଫାଇ ନେଟ୍ୱାର୍କ୍ରେ କିଛିଟା ସୁରକ୍ଷା ଯୋଗାଇଦେବା ସମ୍ଭବ ହୋଇଥାଏ ।
ଖଜା ( kʰɵd͡ʒaː ), ଫେଣି pʰeɳi ନାମରେ ମଧ୍ୟ ଜଣା) ମଇଦାରୁ ତିଆରି ଏକ ଓଡ଼ିଆ ପିଠା । ଏହା ଦେଖିବାକୁ ଲମ୍ବା ଓ ପରସ୍ତ ପରସ୍ତ ହୋଇଥାଏ । ଏହା ଜଗନ୍ନାଥଙ୍କ ସକାଳ ଧୂପରେ ଠାକୁର ମାନଙ୍କୁ ଅର୍ପଣ କରାଯାଇଥାଏ । ଖଜା (ଫେଣି) ପୁରୀର ଏକ ପ୍ରସିଦ୍ଧ ମିଠା । ଏହାକୁ ଅନେକ ଦିନ ଧରି ବନ୍ଦ ଡବାରେ ସାଇତି ରଖି ଖିଆଯାଇପାରେ । ଏହା ଝିଅ ମାନଙ୍କୁ ବିଦା କଲାବେଳେ, ପର୍ବ ପର୍ବାଣିରେ ଓଡ଼ିଆ ଘରେ ବେଭାର ଭାବରେ ପଠାଯାଇଥାଏ ।
ବଳଦେବ ରଥ (୧୭୮୯ - ୧୮୪୫) ଗଞ୍ଜାମ ଜିଲ୍ଲାର ଜଣେ ଓଡ଼ିଆ ରୀତି ଯୁଗର କବି । ସେ କବିସୂର୍ଯ୍ୟ ଭାବେ ପରିଚିତ । ଏକାଧାରରେ ଜଣେ କବି ଓ ସଙ୍ଗୀତକାର ଭାବରେ କବିତା, ଚମ୍ପୂ ଆଦିର ରଚନା କରି ସ୍ୱରସଂଯୋଜନା କରିଥିଲେ । ଗଞ୍ଜାମ ଜିଲ୍ଲାର ଢୁମ୍ପା ସଙ୍ଗୀତକୁ କବିସୂର୍ଯ୍ୟ ଆରମ୍ଭ କରିଥିଲେ ଓ ଗୀତ ରଚନା କରିଥିଲେ । ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।
ଓମ୍ଫେଡ୍ (ଓଡ଼ିଶା ରାଜ୍ୟ ସମବାୟ ଦୁଗ୍ଧ ଉତ୍ପାଦକ ସଂଘ ଲିଃ), ରାଷ୍ଟ୍ରୀୟ ଡେରୀ ବିକାଶ ବୋର୍ଡ (http://www.nddb.org) ସହିତ ଅନୁବନ୍ଧିତ ଓଡ଼ିଶାର ଏକ ଦୁଗ୍ଧ ସମବାୟ ସଂସ୍ଥା । ଏହି ସଂସ୍ଥା ଦୁଗ୍ଧ ଓ ଦୁଗ୍ଧଜାତ ପଦାର୍ଥ ଗୁଡିକର ଉତ୍ପାଦନ, ପ୍ରକ୍ରିୟାକରଣ ଓ ବିତରଣ ଦିଗରେ କାର୍ଯ୍ୟ କରିଥାଏ ।ରାଷ୍ଟ୍ରୀୟ ଡେରୀ ବିକାଶ ବୋର୍ଡର ଅପରେସନ ଫ୍ଳଡ କାର୍ଯ୍ୟକ୍ରମ ମାଧ୍ୟମରେ, ଓଡ଼ିଶାରେ ଏହି ସମବାୟ ସଂସ୍ଥାଟି ୧୯୮୦ ମସିହା ଅକ୍ଟୋବର ୦୧ ତାରିଖରେ ପ୍ରତିଷ୍ଠା କରାଯାଇଥିଲା । ଓମ୍ଫେଡ୍, ସମବାୟ ସମିତି ଅଧିନିୟମ-୧୯୬୨ଦ୍ୱାରା ପଞ୍ଜିକୃତ ଓ ଏହାର ମୁଖ୍ୟ କାର୍ଯ୍ୟାଳୟ ଭୁବନେଶ୍ୱରଠାରେ ଅବସ୍ଥିତ । ପୁରୀ, କଟକ, ଢେଙ୍କାନାଳ, କେନ୍ଦୁଝର ଜିଲ୍ଲାରୁ ଆରମ୍ଭ ହୋଇ, ଓମ୍ଫେଡ୍ କ୍ରମେ ସମଗ୍ର ଓଡ଼ିଶାରେ ନିଜକୁ ପ୍ରତିଷ୍ଠା କରିସାରିଛି । ଛୋଟ ଛୋଟ କିଓଷ୍କ ମାଧ୍ୟମରେ, ଓମ୍ଫେଡ୍ ନିଜର ବ୍ୟବସାୟ କରିଥାଏ ।
ବିଜୟ ମିଶ୍ର (ଜନ୍ମ ୧୬ଜୁଲାଇ ୧୯୩୬) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଛନ୍ତି । ଶ୍ରୀ ମିଶ୍ର, ଏଯାବତ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିସାରିଛନ୍ତି । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନ ପାଇଁ ମନୋନୀତ ହୋଇଛନ୍ତି ।
ଇଲେକ୍ଟ୍ରୋନିକ କମର୍ସ (ସାଧାରଣତ ଇ-କମର୍ସ (e-commerce ବା e-comm) ଭାବେ ଜଣାଶୁଣା) ଅଥବା ଇଲେକ୍ଟ୍ରୋନିକ ବିପଣନ ଇଣ୍ଟରନେଟ କିମ୍ବା ଅନ୍ୟାନ୍ୟ କମ୍ପୁଟର ନେଟୱର୍କ ଜରିଆରେ କୌଣସି ଉତ୍ପାଦର କିଣାବିକାକୁ ବୁଝାଇଥାଏ । ଇଲେକ୍ଟ୍ରୋନିକ ଇ-କମର୍ସ ଇଲେକ୍ଟ୍ରୋନିକ ଫଣ୍ଡ ଟ୍ରାନ୍ସଫର, ସପ୍ଲାଇ ଚେନ ମାନେଜମେଣ୍ଟ, ଇଣ୍ଟରନେଟ ମାର୍କେଟିଂ, ଅନଲାଇନ ଟ୍ରାଞ୍ଜେକସନ ପ୍ରସେସିଂ, ଇଲେକ୍ଟ୍ରୋନିକ ଡାଟା ଇଣ୍ଟରଚେଞ୍ଜ (EDI), ଇନଭେଣ୍ଟରି ମାନେଜମେଣ୍ଟ ସିଷ୍ଟମ ଆଉ ସ୍ୱୟଂଚାଳିତ ଡାଟା କଲେକସନ ସିଷ୍ଟମ ଆଦି ଟେକନୋଲୋଜିର ବ୍ୟବହାର କରିଥାଏ । ଯଦିଓ ଏହା ଅନେକ ଗୁଡିଏ ଟେକନୋଲୋଜି ଯଥା; ଇ-ମେଲ, ମୋବାଇଲ ଉପକରଣ ଓ ଟେଲିଫୋନ ଆଦିର ବ୍ୟବହାର କରିଥାଏ ତେବେ ଆଧୁନିକ ଇଲେକ୍ଟ୍ରୋନିକ କମର୍ସ ସାଧାରଣତ ୱାର୍ଲଡ଼ ୱାଇଡ଼ ୱେବ ବ୍ୟବହାର କରି ଅର୍ଥ-ପରିବହନ (ଟ୍ରାଞ୍ଜେକସନ)ର ଜୀବନକାଳ ବ୍ୟବହାର କରିଥାଏ ।
ଉଇକିଡାଟା ସମ୍ମିଳିତ ଭାବେ ପ୍ରସ୍ତୁତ ବଦଳଯୋଗ୍ୟ ଏକ ଜ୍ଞାନ ଭଣ୍ଡାର ଯାହା ଉଇକିମିଡ଼ିଆ ସଂସ୍ଥାଦ୍ୱାରା ପରିଚାଳିତ ହେଉଅଛି । ଏହାର ଲକ୍ଷ୍ୟ ହେଉଛି କେତେକ ତଥ୍ୟ ନେଇ ଗୋଟିଏ ସାଧାରଣ ସ୍ରୋତ ତିଆରି କରିବା ଯାହା ଉଇକିମିଡ଼ିଆର ପରିକଳ୍ପନା ଯେପରି ଉଇକିପିଡ଼ିଆରେ ବ୍ୟବହୃଉତ ହେଇପାରିବ । ଉଇକିଡାଟା ଉଇକିକମନ୍ସ ଭଳି ଏକ ଉଇକିମିଡ଼ିଆ ପ୍ରକଳ୍ପ । ଉଇକିକମନ୍ସ୍ ଯେପରି ଛବି, ଭିଡିଓ, ଓ ଅନ୍ୟାନ୍ୟ ମିଡ଼ିଆ ଫାଇଲ୍ ପାଇଁ ଷ୍ଟୋରେଜ ପ୍ରଦାନ କରେ ସେହିପରି ଉଇକିଡାଟା କେତେକ ତଥ୍ୟ ପାଇଁ ଷ୍ଟୋରେଜ୍ ପ୍ରଦାନ କରେ । ଉଇକିଡାଟା ଉଇକିବେସ୍ଦ୍ୱାରା ତାର ସାମର୍ଥ୍ୟ ପାଇଛି ।
ରଥ ପୁରୀରେ ରଥ ଯାତ୍ରା ସମୟରେ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କ ବିଗ୍ରହକୁ ଗୁଣ୍ଡିଚା ମନ୍ଦିରକୁ ନେବା ପାଇଁ ବ୍ୟବହୃତ କାଠତିଆରି ଯାନ । ତିନିଗୋଟି ରଥରେ ପୁଷ୍ୟାନକ୍ଷତ୍ରଯୁକ୍ତ ଆଷାଢ଼ ଶୁକ୍ଳ ଦ୍ୱିତୀୟା ଦିନ ବିଗ୍ରହମାନ ରଥରେ ଜଗନ୍ନାଥ ମନ୍ଦିରରୁ ଗୁଣ୍ଡିଚା ମନ୍ଦିରକୁ ବିଜେ କରି ସେଠାରେ ସପ୍ତାହକାଳ ଅବସ୍ଥାନ ପରେ ଦଶମୀ ଦିନ ବଡ଼ ଦେଉଳକୁ ବାହୁଡ଼ନ୍ତି । ଗୁଣ୍ଡିଚା ମନ୍ଦିରକୁ ଯିବା ଦିନକୁ ରଥଯାତ୍ରା ବା ଗୁଣ୍ଡିଚା ଫେରିବା ଦିନକୁ ବାହୁଡ଼ା ଯାତ୍ରା ବୋଲାଯାଏ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ୱାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ୱାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
କମ୍ପୁଟର ସଫ୍ଟୱେର କିମ୍ବା ସଫ୍ଟୱେର, କମ୍ପ୍ୟୁଟର ପ୍ରୋଗ୍ରାମ, ଲାଇବ୍ରେରି ଏବଂ ସେମାନଙ୍କ ସମ୍ବନ୍ଧିତ ନଥିକରଣକୁ ନେଇ ଗଠିତ । "ସଫ୍ଟୱେର" ଶବ୍ଦଟି କେବେ କେବେ ସଙ୍କୁଚିତ ଅର୍ଥରେ ଆପ୍ଲିକେସନ ସଫ୍ଟୱେରକୁ ମଧ୍ୟ ବୁଝାଇଥାଏ । ସଫ୍ଟୱେର କମ୍ପ୍ୟୁଟର ମେମୋରିରେ ସାଇତା ହୋଇ ରହିଥାଏ ଏବଂ ଏହାକୁ କେହି ଛୁଇଁପାରିବେ ନାହିଁ ।ନିମ୍ନତମ ସୋପାନରେ, ଏକ୍ସକ୍ୟୁଟ କରାହୋଇପାରିବା କୋଡ଼ସମୂହ ଏକ ନିର୍ଦ୍ଦିଷ୍ଟ ପ୍ରସେସର– ସାଧାରଣତଃ ଏକ ସେଣ୍ଟ୍ରାଲ ପ୍ରୋସେସିଙ୍ଗ ୟୁନିଟ (ସିପିୟୁ) ସହ ସମ୍ବନ୍ଧିତ ମେସିନ ଲାଙ୍ଗୁଏଜକୁ ନେଇ ଗଠିତ । ଏକ ମେସିନ ଲାଙ୍ଗୁଏଜ ପ୍ରୋସେସର ସୂଚନାକୁ ସୂଚାଉଥିବା ବାଇନାରି ମୂଲ୍ୟକୁ ନେଇ ଗଠିତ ଦଳମାନଙ୍କୁ ନେଇ ତିଆରି । ଏହି ମୂଲ୍ୟସବୁ କମ୍ପ୍ୟୁଟରର ପୂର୍ବ ଅବସ୍ଥାକୁ ବଦଳାଇଥାଏ ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣାଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URIଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URLଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି ।
ଶ୍ରୀନିବାସ ରାମାନୁଜନ FRS ( pronunciation ) (୨୨ ଡିସେମ୍ବର ୧୯୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ ’ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ପୋଲିଓମାୟେଲାଇଟିସ (ଇଂରାଜୀରେ Poliomyelitis, ଅନେକ ସମୟରେ କୁହାଯାଏ ପୋଲିଓ (polio) ବା ଇନ୍ଫାଣ୍ଟାଇଲ୍ ପାରାଲିସିସ୍ ( infantile paralysis), ଏକ ସଂକ୍ରାମକ ରୋଗ ଯାହା ପୋଲିଓଭୁତାଣୁଦ୍ୱାରା ହୁଏ । ଉଲ୍ଲେଖନୀୟ ଏହି ଯେ ପ୍ରାୟ ୯୦ %ରୁ ୯୫ % କେଶ୍ରେ ସଂକ୍ରମଣ ଥାଇ ମଧ୍ୟ ଲକ୍ଷଣ ପ୍ରକାଶ ପାଏନାହିଁ । ବାକି ୫ରୁ ୧୦% ଲୋକ ସମାନ୍ୟ ଲକ୍ଷଣ ଦେଖାନ୍ତି ଯେପରିକି ଜ୍ୱର, ମୁଣ୍ଡବଥା, ବାନ୍ତି, ତରଳ ଝାଡ଼ା, ଦୃଢ଼ ବେକ ଓ ହାତ ଗୋଡ଼ରେ ଯନ୍ତ୍ରଣା । ସପ୍ତାହେ ଦୁଇ ସପ୍ତାହ ମଧ୍ୟରେ ଏମାନେ ଠିକ୍ ହୋଇଯାଆନ୍ତି । କେବଳ ୦.୫ % ଲୋକଙ୍କର ମାଂସପେଶୀ ଦୁର୍ବଳତା ହୋଇ ଚଳନ ଅକ୍ଷମ ହୁଅନ୍ତି । ଏହା କିଛି ଘଣ୍ଟାରୁ କିଛି ଦିନ ମଧ୍ୟରେ ହୁଏ । ପେଶୀ ଦୁର୍ବଳତା ଅଧିକାଂଶ ସମୟରେ ଗୋଡ଼ରେ ଦେଖାଯାଏ କିନ୍ତୁ ମୁଣ୍ଡ, ବେକ ଓ ମଧ୍ୟଚ୍ଛଦା ମାଂସପେଶୀ ଏହା ଅପେକ୍ଷା କମ୍ ଦେଖାଯାଏ । ଅନେକ, କିନ୍ତୁ ସମସ୍ତେ ନୁହେଁ, ଆରୋଗ୍ୟ ଲାଭ କରନ୍ତି । ପେଶୀ ଦୁର୍ବଳତା ଥିବା ୨ରୁ ୫ % ପିଲା ଓ ୧୫ରୁ ୩୦ % ବଡ଼ ମଣିଷ ମୃତ୍ୟୁ ବରଣ କରନ୍ତି । ପୁନରୁଦ୍ଧାର ହେବାର ଅନେକ ବର୍ଷ ପରେ ପୋଷ୍ଟ ପୋଲିଓ ସିଣ୍ଡ୍ରୋମ୍ ହୋଇପାରେ ଯାହା ଆରମ୍ଭ ସମୟ ଭଳି ଧୀରେ ଧୀରେ ପରିସ୍ଫୁଟ ହୁଏ । ପୋଲିଓଭୁତାଣୁ ସାଧାରଣତଃ ସଂକ୍ରମିତ ମଳ ପାଟିକୁ ଗଲେ ରୋଗ ବ୍ୟାପେ । ଖାଦ୍ୟ ଓ ଜଳ ମାଧ୍ୟମରେ ଏହା ବ୍ୟାପିପାରେ; ଲାଳ ମାଧ୍ୟମରେ ମଧ୍ୟ ସ୍ୱଳ୍ପ ଭାବରେ ବ୍ୟାପିପାଏ । କୌଣସି ଲକ୍ଷଣ ନ ଥିଲେ ମଧ୍ୟ ସଂକ୍ରମିତ ବ୍ୟକ୍ତି ସୁସ୍ଥ ଲୋକକୁ ସଂକ୍ରମିତ କରିପାରିବେ । ମଳରେ ହୁତାଣୁ ମିଳିଲେ ଓ ରକ୍ତରେ ଆଣ୍ଟିବଡି ଚିହ୍ନଟ ହେଲେ ରୋଗ ନିର୍ଣ୍ଣୟ ହୁଏ । ପୋଲିଓ ରୋଗ ନିମନ୍ତେ ପୋଲିଓ ଟିକା ଦିଆଯାଉଛି, କିନ୍ତୁ କାର୍ଯ୍ୟକାରୀ ହେବା ନିମନ୍ତେ ଅନେକ ଥର ଦେବାକୁ ପଡ଼ୁଛି । ୟୁନାଇଟେଡ୍ ସ୍ଟେଟ୍ସ୍ ସେନ୍ଟର୍ ଫର୍ ଡିଜିଜ୍ କଣ୍ଟ୍ରୋଲ (ଇଂରାଜୀରେ United States Center for Disease Control) ସଂସ୍ଥା ଭ୍ରମଣକାରୀ ଓ ଏହି ରୋଗପ୍ରବଣ ଇଲାକାର ଲୋକଙ୍କୁ ପୋଲିଓ ଟିକା ବୁଷ୍ଟର ଡୋଜ ଦେବାକୁ ସୁପାରିସ୍ କରୁଛନ୍ତି । ସଂକରମଣ ଆରମ୍ଭ ହୋଇଗଲା ପରେ କୌଣସି ନିର୍ଦ୍ଦିଷ୍ଟ ଚିକିତ୍ସା ନାହିଁ । ୧୯୮୮ ମସିହାରା ୩୫୦,୦୦୦ ରୋଗୀ ଥିଲାବେଳେ ୨୦୧୩ରେ କମିଯାଇ ୪୧୬ ଜଣଙ୍କୁ ମାତ୍ର ଏହି ରୋଗ ହୋଇଥିଲା । ସନ ୨୦୧୪ରେ ଏହି ରୋଗ କେବଳ ଆଫ୍ଗାନିସ୍ଥାନ୍, ନାଇଜେରିଆ ଓ ପାକିସ୍ଥାନର ଲୋକଙ୍କ ମଧ୍ୟରେ ବ୍ୟାପୁଥିଲା । ପୁରାତନ କଳାକୃତିରେ ପୋଲିଓ ରୋଗ ହଜାର ହଜାର ବର୍ଷ ହେଲା ଥିବାର ଚିତ୍ର ଦର୍ଶାଯାଇଛି । ସନ ୧୭୮୯ରେ ମାଇକେଲ ଅଣ୍ଡରଉଡ୍ ଏହି ରୋଗକୁ ସର୍ବ ପ୍ରଥମେ ସ୍ୱତନ୍ତ୍ର ରୋଗ ରୂପେ ଚିହ୍ନଟ କରିଥିଲେ ଓ ଏହି ରୋଗ ଜନ୍ମାଉଥିବା ଭୁତାଣୁ ୧୯୦୮ ମସିହାର ପ୍ରଥମେ କାର୍ଲ ଲ୍ୟାଣ୍ଡସ୍ଟିନର ଚିହ୍ନଟ କରିଥିଲେ । ୟୁରୋପ ଓ ଆମେରିକାରେ ଉନବିଂଶ ଶତାବ୍ଦୀର ଶେଷ ଭାଗରେ ଏହି ରୋଗ ମହାମାରୀ ରୁପ ଧାରଣ କରିଥିଲା । ସେହି ସ୍ଥାନମାନଙ୍କରେ ବିଂଶ ଶତାବ୍ଦୀରେ ଏହି ରୋଗ ଶିଶୁ ରୋଗ ହିସାବରେ ଚିନ୍ତାର ବିଷୟ ହୋଇଥିଲା । ସନ ୧୯୫୦ରେ ଜୋନାସ୍ ସଲ୍କ୍ ପ୍ରଥମେ ପୋଲିଓ ଟିକା ପ୍ରସ୍ତୁତ କରିଥିଲେ । ସନ ୨୦୧୮ ସୁଦ୍ଧା ଟିକାକରଣଦ୍ୱାରା ଏହି ରୋଗ ସାରା ପୃଥିବୀରୁ ନିର୍ମୁଳ କରାଯିବା ଆଶା କରାଯାଉଛି । ସନ ୨୦୧୩ରେ କିନ୍ତୁ ସିରିଆରେ ନୂଆ କେଶ୍ ଚିହ୍ନଟ କରାଯିବ ରୋପୋର୍ଟ ମିଳିଛି । ସନ ୨୦୧୪ ମଇ ମାସରେ ଏସିଆ, ଆଫ୍ରିକା ଓ ମଧ୍ୟ ପୂର୍ବ ଇଲାକାରେ ରୋଗ ଦେଖାଯିବା କାରଣରୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଏକ ଜନ ସ୍ୱାସ୍ଥ୍ୟ ଏମର୍ଜେନ୍ସି ଘୋଷଣା ଘୋଷଣା କରିଛନ୍ତି । ଅନ୍ୟ କୌଣସ ପଶୁଙ୍କୁ ଏହି ରୋଗ ଆକ୍ରମଣ କରେନାହିଁ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ମହିଳାଙ୍କ ସୁରକ୍ଷା ନିମନ୍ତେ ଭାରତରେ ଥିବା ଆଇନ ତାଲିକା
ମହିଳାଙ୍କ ଅଧିକାରର ସୁରକ୍ଷା ପାଇଁ ବ୍ରିଟିଶ ଅମଳରୁ ଏ ଯାଏଁ ବହୁ ଆଇନ ପ୍ରଣୟନ କରାଯାଇଛି । ଭାରତୀୟ ସମ୍ବିଧାନର ଧାରା ୧୪ରେ ମହିଳାଙ୍କ ପାଇଁ ଆଇନରେ ସମାନ ବ୍ୟବସ୍ଥା Equality before law for women (Article 14)ରହିଛି । ମହିଳାମାନେ କୌଣସି ଭେଦଭାବର ଶୀକାର ହେବେ ନାହିଁ, (Article 15(1)), ସାମ୍ବିଧାନିକ ବ୍ୟବସ୍ଥାରେ ପ୍ରତ୍ୟେକ କ୍ଷେତ୍ରରେ ମହିଳା ମାନେ ସମାନ ସୂଯୋଗ ପାଇବେ (Article 16), ସମାନ କାମ ନିମନ୍ତେ ସମାନ ମଜୁରୀ ପାଇବେ (Article 39(d)) and Article 42.
ହିରୋଇନ (ଇଂରାଜୀ ଭାଷାରେ Heroin ଅନ୍ୟ ନାମ diamorphine, ଏକ ଓପିଅଏଡ (opioid) ଯାହା ଏକ ଆନନ୍ଦବର୍ଦ୍ଧକ ଗୁଣ ଯୋଗୁ ଏକ ମନୋରଞ୍ଜନକାରୀ ଔଷଧ (recreational drug) ରୂପେ ବ୍ୟବହାର କରାଯାଏ । ଡାକ୍ତରୀ ଚିକିତ୍ସାରେ ଏହା ଏକ କଷ୍ଟ ନିବାରକ ଔଷଧ ଓ ଦୀର୍ଘକାଳୀନ ଓପିଅଏଡ ପ୍ରତିସ୍ଥାପନ ଥେରାପିରେ କାଉନସେଲିଙ୍ଗ ସହିତ ବ୍ୟବହାରକାରୀଙ୍କୁ ରକ୍ଷଣାବେକ୍ଷଣ ବା ମେଣ୍ଟେନାନ୍ସ ନିମନ୍ତେ ଦିଆଯାଏ । ହିରୋଇନ ଶିରାଭ୍ୟନ୍ତରରେ (injection into a vein) ଦିଆଯାଏ କିନ୍ତୁ ଏହାର ଧୂମ୍ର ପାନ କରିହୁଏ ବା ଏହାକୁ ଆଘ୍ରାଣ କରିହୁଏ । ଏହା ପ୍ରଭାବ ତୁରନ୍ତ ଆରମ୍ଭ ହୁଏ ଓ କିଛି ଘଣ୍ଟା ପର୍ଯ୍ୟନ୍ତ ରହେ ।ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟା ମଧ୍ୟରେ ଶ୍ୱାସକ୍ରିୟା କମିଯାଏ ଓ ହିରୋଇନ ନେଉଥିବା ଲୋକଙ୍କ ମଧ୍ୟରୁ ଏକ ଚତୁର୍ଥାଂଶ ଲୋକ ନିର୍ଭରଶୀଳ (physically dependent) ହୋଇଯାଆନ୍ତି । ଅନ୍ୟାନ୍ୟ ପାର୍ଶ୍ୱ ପ୍ରତିକ୍ରିୟା ମଧ୍ୟରେ ପୂଜ ଜମିବା, ଏଣ୍ଡୋକାର୍ଡ଼ାଇଟିସ (infected heart valves), ରକ୍ତବାହୀ ସଂକ୍ରମଣ, କୋଷ୍ଠକାଠିନ୍ୟ ଓ ନିମୋନିଆ ମୂଖ୍ୟତଃ ଦେଖାଯାଏ । ଦୀର୍ଘକାଳୀନ ବ୍ୟବହାରର ଇତିହାସ ଥିଲେ ବ୍ୟବହାର ବନ୍ଦ କରିବାର କିଛି ଘଣ୍ଟା ମଧ୍ୟରେ ପ୍ରତ୍ୟାହାର ଲକ୍ଷଣ ବାହାରିବା ଆରମ୍ଭ ହୋଇଯାଏ । ଶିରାଭ୍ୟନ୍ତର ସଂଚାଳନ ପରେ ସମତୁଲ ମାତ୍ରାର ମର୍ଫିନ ଅପେକ୍ଷା ହିରୋଇନର ପ୍ରଭାବ ୨ରୁ ୩ଗୁଣ ଅଧିକ ହୁଏ । ଧଳା ବା ମାଟିଆ ରଙ୍ଗର ପାଉଡର ଆକାରରେ ହିରୋଇନ ମିଳେ । ହିରୋଇନ ଚିକିତ୍ସାରେ ନିଶା ଚିକିତ୍ସା (heroin addiction) ସହିତ ବ୍ୟବହାରିକ ଥେରାପି (behavioral therapy) ଓ ଔଷଧ ଦିଆଯାଏ । ଏଥିରେ ମେଥାଡନ ବା ନାଲଟ୍ରେକ୍ସନ (naltrexone) ଔଷଧ ବ୍ୟବହାର କରାଯାଏ । ହିରୋଇନ ଅଧିକ ମାତ୍ରା ହୋଇଥିଲେ ନାଲୋକ୍ସୋନ (naloxone) ଦେଇ ଚିକିତ୍ସା କରାଯାଏ । ହିସାବ ଅନୁସାରେ ପ୍ରାୟ ୧୭ ନିୟୁତ ଲୋକ ଅଧୁନା ହିରୋଇନ ସେବନ କରୁଛନ୍ତି ଓ ଏତଦ୍ୱାରା ସନ ୨୦୧୫ରେ ୧୨୨,୦୦୦ମୃତ୍ୟୁ ହୋଇଛି । ଯୁକ୍ତରାଷ୍ଟ୍ର ଆମେରିକାର ୧.୬% ଲୋକ କୌଣସି ସମୟରେ ହିରୋଇନ ସେବନ କରୁଛନ୍ତି । ଔଷଧ ସମ୍ପର୍କୀୟ ମୃତ୍ୟୁ ମଧ୍ୟରେ ଓପିଅଏଡ ସର୍ବାଧିକ ସାଧାରଣ କାରଣ ହୋଇଛି ।ସନ ୧୮୭୪ରେ ଚାର୍ଲସ ରୋମଲେ ଆଲଡର ରାଇଟ ପ୍ରଥମେ ପାପାଭର ସୋମ୍ନିଫେରମର (opium poppy) ପ୍ରାକୃତିକ ଉପାଦାନ ମର୍ଫିନରୁ ହିରୋଇନ ପ୍ରସ୍ତୁତ କରିଥିଲେ । ଆନ୍ତର୍ଜାତୀୟ କ୍ଷେତ୍ରରେ ହିରୋଇନ ଏକ ନିୟନ୍ତ୍ରିତ ଔଷଧ । ଏହାର ତିଆରି, ବିନା ଲାଇସେନ୍ସରେ ବିକ୍ରୟ ବେଆଇନ (illegal) । ସନ ୨୦୧୫ରେ ପୃଥିବୀରେ ଉତ୍ପାଦିତ ସମୁଦାୟ ଅଫିମର ୬୬% କେବଳ ଆଫଗାନିସ୍ଥାନ ଦେଶରେ ପ୍ରସ୍ତୁତ ହୋଇଥିଲା । ଅନେକ ସମୟରେ ବେଆଇନ ଭାବରେ ବିକ୍ରୟ କରାଯାଉଥିବା ହିରୋଇନ ସହିତ ଚିନି ବା ସ୍ଟ୍ରିକନିନ (strychnine) ମଶ୍ରିତ କରାଯାଏ ।