ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ ଭାବେ ଗଜପତି ମହାରାଜାଙ୍କର ସେବା ହେଉଛି ବଂଶାନୁକ୍ରମିକ । ଏହା ଏକା ଏକା ସେବା ସେବା, ଗୋଷ୍ଠୀ ସେବା ନୁହେଁ । ଶ୍ରୀଜଗନ୍ନାଥ ମନ୍ଦିର ସ୍ୱତ୍ୱଲିପିରେ ଏହିସେବାକୁ ଗଜପତି ମହାରାଜା ସେବା ଭାବରେ ଉଲ୍ଲେଖ କରାଯାଇଛି । ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଥମ ସେବକ ଭାବେ ଗଜପତି ମହାରାଜା ପ୍ରତ୍ୟହ ଶ୍ରୀମନ୍ଦିରରୁ ଖେଇ ସ୍ୱରୂପ ମହାପ୍ରସାଦ ପାଇଥାନ୍ତି । ପ୍ରତିଦିନ ମହାପ୍ରଭୁ (ଜଗନ୍ନାଥ) ବାଡ଼ପହୁଡ଼ ସମୟର ମାଳଚୂଳ, ପଇଡ଼ ଇତ୍ୟାଦି ଏବଂ ମଙ୍ଗଳ ଆଳତି ପ୍ରସାଦ ଚର୍ଚ୍ଚା କର୍ମଚାରୀ ଶ୍ରୀନଅରକୁ ନେଇଥାନ୍ତି । ମହାପ୍ରଭୁଙ୍କ ଅବକାଶ ନୀତି ଜଳ ପ୍ରତିଦିନ ମୂଖପ୍ରଖାଳ ପ୍ରତିହାରୀ ଶ୍ରୀନଅରରେ ଦିଅନ୍ତି । ବଡୁ ମହାପାତ୍ର ପ୍ରତ୍ୟେକ ଧୂପରେ, ପର୍ବପର୍ବାଣୀ ଦିନମାନଙ୍କରେ ଶ୍ରାଦ୍ଧ ଓ ସ୍ୱନକ୍ଷତ୍ର ଦିବସରେ ଶ୍ରୀମନ୍ଦିରରୁ ଶ୍ରୀନଅରକୁ ତାଟ ଦିଅନ୍ତି । ମହାରାଣୀ ଓ ଜେନାମଣି ଖେଇ ସ୍ୱରୂପ ମହାପ୍ରସାଦ ପାଇଥାନ୍ତି । ଗଜପତି ମହାରାଜା, ମହାରାଣୀ ଏବଂ ଜେନାମଣିଙ୍କ ସ୍ୱନକ୍ଷତ୍ରରେ ଶ୍ରୀମନ୍ଦିରରେ ଅଧିକ ଭୋଗ ହୋଇ ଶ୍ରୀନଅରକୁ ତାଟ ଯାଏ । ପ୍ରତି ଏକାଦଶୀ ତିଥି ନିଶାର୍ଦ୍ଧରେ ଗଜପତିଙ୍କ ଶୁଭକାମନା କରି ଶ୍ରୀମନ୍ଦିର ନୀଳଚକ୍ରଠାରେ ମହାଦୀପ ଉଠେ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଭାଗିରଥୀ ସେଠୀ (ଜନ୍ମ: ୨୭ ଜାନୁଆରୀ ୧୯୫୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ଓଡ଼ିଶା ରାଜନୀତିରେ ସେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ଓଡ଼ିଶା ବିଧାନ ସଭାରେ ସେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୦୯ ଓ ୨୦୧୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଆନନ୍ଦପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୪ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ .
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ସ୍ତନ୍ୟପାୟୀ (ଇଂରାଜୀ: Mammal; ଶ୍ରେଣୀ Mammalia /məˈmeɪli.ə/) ସମୂହର ପ୍ରାଣୀମାନେ (ନାରୀ) ନିଜ ନବଜାତ ଶିଶୁକୁ ସ୍ତନ୍ୟ ପାନ କରାଇଥାନ୍ତି । ମହିଳାମାନଙ୍କ କ୍ଷେତ୍ରରେ ସ୍ତନ ଗ୍ରନ୍ଥି ଦେଖାଯାଇଥାଏ, ଯାହାକି ସରୀସୃପ କିମ୍ବା ପକ୍ଷୀମାନଙ୍କ କ୍ଷେତ୍ରରେ ଦେଖାଯାଇନଥାଏ । ସ୍ତନ୍ୟପାୟୀ ସମୂହର ଚାରି କୋଠରି ବିଶିଷ୍ଟ ହୃତପିଣ୍ଡ ରହିଥାଏ ଓ ମସ୍ତିସ୍କ ଗଠନ ଅପେକ୍ଷାକୃତ ଉନ୍ନତ ହୋଇଥାଏ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି lଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ୱବିଦ୍ୟାଳୟରୁ ଏଲ.ଏଲ.ଏମ.
ଦୈତାରି ନାଏକ କେନ୍ଦୁଝର ଜିଲ୍ଲାର ଜଣେ ପଦ୍ମଶ୍ରୀ ସମ୍ମାନିତ ସମାଜସେବୀ । ସେ ପାହାଡ଼ କାଟି ନିଜ ଗାଁକୁ କେନାଲ ଖୋଳିଥିଲେ ।ଦୈତାରୀ ବଂଶପାଳ ବ୍ଲକ ଅନ୍ତର୍ଗତ ତାଳବୈତରଣୀ ଗ୍ରାମର ବାସିନ୍ଦା । ୧୯୯୬ ମସିହା ବେଳକୁ ତାଙ୍କ ଗ୍ରାମକୁ ଜଳସେଚନ ବା ପିଇବା ପାଣିର ସୁବିଧା ନଥିଲା । ପିଇବା ପାଣି ମୁନ୍ଦେ ପାଇଁ ଲୋକଙ୍କୁ ୨ କିଲୋମିଟର ପାହାଡ଼ ଚଢିବାକୁ ପଡୁଥିଲା । ଦୈତାରି ଏକା ଏକା ପାହାଡ଼ କାଟି, ପାଣି ତଳକୁ ଆଣିବାକୁ ଚେଷ୍ଟା ଆରମ୍ଭ କରିଥିଲେ । ମୂଳରୁ ତାଙ୍କୁ ଟାହିଟାପରା ଶୁଣିବାକୁ ପଡିଥିଲେ ମଧ୍ୟ, ତାଙ୍କ କାମର ସଫଳତା ଦେଖି ଅନ୍ୟ ଗ୍ରାମବାସୀମାନେ ତାଙ୍କର ସହାୟତାକୁ ଆଗକୁ ଆସିଥିଲେ । ୨୦୦୦ ମସିହା ଶେଷ ଆଡକୁ ୨କିଲୋମିଟର ପାହାଡ଼ କାଟି, ଦୈତାରୀ ତାଙ୍କ ଗାଁକୁ ପାଣି ଆଣିବାକୁ ସଫଳ ହୋଇଥିଲେ । ଫଳସ୍ୱରୂପ ଆଗରୁ ଟାଙ୍ଗରା ପଡୁଥିବା ୪ଶହ ଏକର ଜମିରେ ହୋଇପାରିଲା ଚାଷ । ଉପକୃତ ହୋଇଥିଲେ ସମଗ୍ର ଗ୍ରାମବାସୀ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ଶ୍ରୀନିବାସ ରାମାନୁଜନ FRS ( pronunciation ) (୨୨ ଡିସେମ୍ବର ୧୯୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ ’ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ହୃତ୍ପିଣ୍ଡ ହେଉଛି ସମସ୍ତ ମେରୁଦଣ୍ଡୀ ପ୍ରାଣୀଙ୍କ ଶରୀରରେ ଥିବା ଏକ ମାଂସଳ ଅଙ୍ଗ ଯାହା ମାନବ ଓ ଅନ୍ୟ ପଶୁମାନଙ୍କ ଦେହରେ ଥାଏ ଓ ରକ୍ତ ସଞ୍ଚାଳନ ପ୍ରଣାଳୀରେ ଥିବା ରକ୍ତନଳୀ ଭିତରକୁ ରକ୍ତ ପମ୍ପ କରେ । ରକ୍ତ ଶରୀରକୁ ଅମ୍ଳଜାନ ଓ ପୋଷକ (nutrients) ଯୋଗାଏ ତଥା ବିପାକ ଜନିତ ବର୍ଜ୍ୟବସ୍ତୁ ନିଷ୍କାସନରେ ସାହାଯ୍ୟ କରେ । ଛାତିର ମେଡ଼ିଆସ୍ଟାଇନମ୍ର ମଧ୍ୟ କୋଠରୀରେ ଏହା ଅବସ୍ଥିତ । ଅତି ଶକ୍ତ ମାଂସପେଶୀରେ ଗଠିତ ଏହି ଅଙ୍ଗର ଆକାର ହାତମୁଠା ପରି । ଏହା ନିୟମିତ ସଙ୍କୁଚିତ ଓ ପ୍ରସାରିତ ହୋଇ ଶରୀରରେ ରକ୍ତ ସଞ୍ଚାଳନ କରେ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ବାମାଚରଣ ମିତ୍ର (୧୭ ଡିସେମ୍ବର ୧୯୧୫ - ୨୧ ଫେବୃଆରୀ ୧୯୭୫) ଜଣେ ଓଡ଼ିଆ ଲେଖକ ଓ ଅନୁବାଦକ । ସେ ଓଡ଼ିଆରେ ନବେରୁ ଅଧିକ କ୍ଷୁଦ୍ରଗଳ୍ପ (ଯହିଁରୁ ୨୪ଟିକୁ ନେଇ "ବାମାଚରଣ ଗଳ୍ପ ସମ୍ଭାର" ନାମରେ ସଂକଳନ ପ୍ରକାଶିତ), ତିନୋଟି ଉପନ୍ୟାସ ଓ ଅନୁବାଦ ସାହିତ୍ୟ ରଚନା କରିଥିଲେ । ୨୦୧୫ ମସିହାରେ ତାଙ୍କର ସମସ୍ତ ରଚନା ଡିଜିଟାଲ ରୂପରେ ସୃଜନିକା ତରଫରୁ ଏକ ସିଡିରେ ପ୍ରକାଶିତ । ତାଙ୍କ ରଚିତ ପ୍ରମୁଖ ଉପନ୍ୟାସମାନ ହେଲେ "କୀର୍ତ୍ତିଶଯ୍ୟ" (ପ୍ରଥମ ରଚିତ ଉପନ୍ୟାସ), "ନରଛଞ୍ଚାଣ" ତଥା ଗଳ୍ପସଂକଳନମାନ ହେଲେ "ସ୍ୱପ୍ନସିଦ୍ଧ", "ବଟ ମହାପୁରୁଷ", "ଅସୀମ" ଓ "ମହାପୁରୁଷ ବାଗ" । ସେ ପ୍ରବନ୍ଧ ସଂକଳନ "ଏଣୁଶ୍ଚ ତେଣୁଶ୍ଚ" ପାଇଁ ୧୯୬୯-୧୯୭୩ରେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନୀତ ହୋଇଥିଲେ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ ପ୍ରତିବର୍ଷ ୨୨ଟି ବେଶ ସମ୍ପନ୍ନ ହେଲା ବେଳେ ଅନ୍ୟ ଦୁଇଟି ବେଶ ବିରଳ ମୂହୁର୍ତ୍ତରେ ସମ୍ପନ୍ନ ହୋଇଥାଏ । ଏହି ଦୁଇଟି ବିରଳ ବେଶ ହେଲା ରଘୁନାଥ ବେଶ ଓ ନାଗାର୍ଜୁନ ବେଶ । ଅନେକ ବର୍ଷ ଧରି ରଘୁନାଥ ବେଶ ଆଉହୋଇନଥିଲା ବେଳେ ୧୯୯୪ ମସିହା ପରେ ଆଉ ନାଗାର୍ଜୁନ ବେଶ ଯୋଗ ପଡ଼ିନାହିଁ । ଏ ସବୁ ବେଶ ମଧ୍ୟରୁ କେତେକ ବେଶରେ ମହାପ୍ରଭୁ ଜଗନ୍ନାଥଙ୍କ ପୋଷାକ କେବଳ ବଦଳୁଥିବା ବେଳେ ଆଉ କେତେକ କ୍ଷେତ୍ରରେ ତାଙ୍କର ଅବତାର ବଦଳିଯାଇଥାଏ, ଯଥା କେତେବେଳେ ସେ ବିଷ୍ଣୁ ତ ଆଉ କେତେବେଳେ ନୃସିଂହ ବେଶ ଧାରଣ କରିଥାନ୍ତି । ପୁଣି ମହାପ୍ରଭୁମାନଙ୍କ ସବୁଯାକ ବେଶରେ ଜଗନ୍ନାଥ ମୁଖ୍ୟ ଭୂମିକାରେ ରହୁଥିବା ବେଳେ କେବଳ ପ୍ରଳମ୍ବାସୁରବଧ ବେଶରେ ବଳଭଦ୍ର ମୂଖ୍ୟ ଭୂମିକା ଗ୍ରହଣ କରନ୍ତି । ଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ କେତେକ ବେଶ ବର୍ଷକରେ ଏକାଧିକବାର ସଂପନ୍ନ ହୋଇଥାଏ । ଯଥା : - ସୁନାବେଶ ପ୍ରାୟ ପାଞ୍ଚ ଥର ଓ ଶ୍ରାଦ୍ଧ ବେଶ ତିନିଥର ସଂପନ୍ନ ହୋଇଥାଏ ।
ଓଡ଼ିଶାରେ ମୁଖ୍ୟତଃ ଚାରିଗୋଟି ରଥଯାତ୍ରା ଅନୁଷ୍ଠିତ ହୁଏ । ବର୍ଷର ପ୍ରତି ତିନିମାସରେ ଥରେ ଗୋଟିଏ ରଥଯାତ୍ରା ହୁଏ । ଚୈତ୍ରମାସ ଶୁକ୍ଳ ଅଷ୍ଟମୀରେ ରୁକୁଣା ରଥଯାତ୍ରା, ଆଷାଢ ମାସ ଦ୍ୱିତୀୟାରେ ଗୁଣ୍ଡିଚା ରଥଯାତ୍ରା, ଆଶ୍ୱିନରେ ଦୁର୍ଗାଙ୍କ ଏବଂ ମାଘ ମାସ ପଞ୍ଚମୀରେ କୋଣାର୍କ ସୌର ରଥଯାତ୍ରା ପାଳନ ହେଉଥିବାର ପୁରାଣରେ ବର୍ଣ୍ଣନା ଅଛି । କିନ୍ତୁ ପ୍ରତି ତିନି ମାସ ବ୍ୟବଧାନରେ ଗୋଟିଏ ରଥଯାତ୍ରା ଅନୁଷ୍ଠିତ ହେଉଥିବାରୁ କୋଣାର୍କର ସୌର ରଥଯାତ୍ରା ମାଘ ମାସ ପରିବର୍ତ୍ତେ ପୌଷମାସରେ ଅନୁଷ୍ଠିତ ହୁଏ ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ୱାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଗୋମାଂସ (ବିଫ୍, ଗୋରୁମାଂସ ଓ ହଡ଼ା ମାଂସ ଭାବେ ମଧ୍ୟ ଜଣା) ଖାଦ୍ୟ ଭାବେ ବ୍ୟବହୃତ ବିଶେଷ କରି କଙ୍କାଳରୁ ନିଆଯାଇଥିବା ଗୋରୁମାନଙ୍କ ମାଂସକୁ ବୁଝାଏ । ପ୍ରାକୈତିହାସିକ ସମୟରୁ ମଣିଷମାନେ ଗୋମାଂସ ଖାଇଆସୁଛନ୍ତି । ଗୋମାଂସରେ ଉଚ୍ଚମାନର ପୁଷ୍ଟିସାର ଓ ଅନ୍ୟାନ୍ୟ ଖାଦ୍ୟସାର ରହିଛି ।ଗୋମାଂସ କଙ୍କାଳ ମାଂସ ସାଧାରଣତଃ ରୋଷ୍ଟ, ଛୋଟ ରିବ ଓ ଷ୍ଟେକ ଭାବେ କଟାଯାଇଥାଏ (ଏସବୁ ଫିଲେଟ ମିଗନୋନ, ସରଲୋଇନ ଷ୍ଟେକ, ରମ୍ପ ଷ୍ଟେକ, ରିବ ଷ୍ଟେକ, ରିବ ଆଇ ଷ୍ଟେକ, ହ୍ୟାଙ୍ଗର ଷ୍ଟେକ ଆଦି ନାମରେ ଜଣା) ଓ ବାକି କଟା ପ୍ରଣାଳୀରେ ମାଂସକୁ ବିଭିନ୍ନ ପ୍ରକ୍ରିୟାକରଣ କରାଯାଇଥାଏ (ଯଥା କର୍ଣଡ଼ ବିଫ ଓ ବିଫ ଜର୍କି) । ସସେଜରେ ବୟସ୍କ (ତେଣୁ ଶକ୍ତ) ଗୋରୁମାଂସକୁ ଟ୍ରିମିଂ ମିଶାଇ ଗୁଣ୍ଡକରି, ଛୋଟ ଛୋଟ ଖଣ୍ଡ କରି କାଟି (ମିନ୍ସିଂ) ବ୍ୟବହାର କରାଯାଇଥାଏ ।କେତେକ ବ୍ଲଡ଼ ସସେଜରେ ରକ୍ତ ମଧ୍ୟ ବ୍ୟବହାର ହୋଇଥାଏ । ଅନ୍ୟାନ୍ୟ ଅଙ୍ଗପ୍ରତଙ୍ଗ ଓ ଓଫାଲ ଯଥା ଗୋରୁ ଲାଞ୍ଜ, ଯକୃତ, ଜିଭ, ପାକସ୍ଥଳୀ କାନ୍ଥମାଂସ ଆଦି ପାକନଳୀ ଓ ରୁମେନ ଏବଂ ଗ୍ରନ୍ଥୀ (ବିଶେଷ କରି ଅଗ୍ନାଶୟ ଓ ଥାଇମସ ଯାହା ସୁଇଟବ୍ରେଡ଼ ନାମରେ ମଧ୍ୟ ଜଣା) ମଧ୍ୟ ଖିଆଯାଇଥାଏ ।ଏଥି ସହିତ ହୃତପିଣ୍ଡ, ମସ୍ତିଷ୍କ (ବୋଭାଇନ ସ୍ପଞ୍ଜିଫର୍ମ ଏନସେଫାଲୋପାଥି ବା BSE ଯାହା ମ୍ୟାଡ଼ କାଓ ଡିଜିଜ ବା "ପାଗଳ ଗୋରୁ ରୋଗ" ନାମରେ ଜଣା ରୋଗ ହେଉଥିବାରୁ ଏହା ଖାଇବା ବାରଣ କରାଯାଏ), ବୃକକ, ଓ ଷଣ୍ଢର ଅଣ୍ଡକୋଷ (ଯୁକ୍ତରାଷ୍ଟ୍ର ଆମେରିକାରେ କାଫ ଫ୍ରାଇସ, ପ୍ରେଇରେ ଓଏଷ୍ଟର ଏବଂ ରକି ମାଉଁଣ୍ଟେନ ଓଏଷ୍ଟର ନାମରେ ଜଣା) ଆଦି ମଧ୍ୟ ଖିଆଯାଏ । କେତେକ ପାକନଳୀ ରନ୍ଧାହୋଇ ଯଥାରୀତି ଖିଆଯାଏ ଓ କେତେକ ପ୍ରାକୃତିକ ସସେଜର ଖୋଳ ଭାବେ ବ୍ୟବହାର ହୁଏ ।ହାଡ଼ଗୁଡ଼ିକ ବିଫ ଷ୍ଟକ ଭାବେ ବ୍ୟବହାର କରାଯାଏ ।
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ସୁଇଜରଲ୍ୟାଣ୍ଡ / ସ୍ୱିଜରଲ୍ୟାଣ୍ଡ ବା ସ୍ୱିସ୍ ସଂଘରାଜ୍ୟ ଇଉରୋପର ଏକ ସଂଘୀୟ ଗଣତାନ୍ତ୍ରିକ ଦେଶ । ସ୍ୱିଜରଲ୍ୟାଣ୍ଡ ଦେଶ ୨୬ଟି ସଂଘରାଜ୍ୟ ବା କ୍ୟାଣ୍ଟନରେ ବିଭକ୍ତ ଓ ବର୍ନ୍ (ଈଂରାଜୀରେ Bern) ଏହି ଦେଶର ରାଜଧାନୀ । ପଶ୍ଚିମ ଇଉରୋପର କେନ୍ଦ୍ରରେ ସ୍ୱିଜରଲ୍ୟାଣ୍ଡ ଅବସ୍ଥିତ । ସ୍ୱିଜରଲ୍ୟାଣ୍ଡକୁ ଦକ୍ଷିଣ ପଟେ ଇଟାଲି, ପଶ୍ଚିମ ପଟେ ଫ୍ରାଂସ୍, ଉତ୍ତର ପଟେ ଜର୍ମାନୀ ଓ ପୂର୍ବପଟେ ଅଷ୍ଟ୍ରିଆ ଏବଂ ଲିଖଟେନଷ୍ଟାଇନ୍ ଘେରି ରହିଛନ୍ତି । ଚାରିପଟୁ ସ୍ଥଳଭାଗଦ୍ୱାରା ପରିବେଷ୍ଟ ଏହି ଦେଶର କ୍ଷେତ୍ରଫଳ ପ୍ରାୟ ୪୧୨୮୫ ବର୍ଗ କିଲୋମିଟର୍ (୧୫୯୪୦ ବର୍ଗ ମାଇଲ୍) । ଭୌଗୋଳିକ ଦୃଷ୍ଟିକୋଣରୁ ଏହାର ଭୂଭାଗ ଆଲ୍ପସ୍ ପର୍ବତଶ୍ରେଣୀ, ସ୍ୱିସ୍ ଉଚ୍ଚ-ସମଭୂମି ଓ ଜୁରା ପର୍ବତାଞ୍ଚଳଦ୍ୱାରା ଶୋଭିତ । ଆଲ୍ପସ୍ ପର୍ବତଶ୍ରେଣୀ ଏହି ଦେଶର ଅଧିକାଂଶ ଭାଗ ଅଧିକାର କରିଥିବା ବେଳେ ଏହାର ଉଚ୍ଚ ସମତଳ ଭୂମିରେ ପ୍ରାୟ ୮୦ ଲକ୍ଷ ସ୍ୱିସ୍ (ଈଂରାଜୀରେ Swiss) ନାଗରିକ ବସବାସ କରିଥାନ୍ତି । ଏହି ଉଚ୍ଚ ସମତଳ ଭୂମିରେ ଅନେକ ପ୍ରମୁଖ ନଗର ଗଢ଼ି ଉଠିଛି । ବିଶ୍ୱ ଅର୍ଥନୀତିର ପ୍ରମୁଖ କେନ୍ଦ୍ର ଭାବେ ପରିଗଣିତ ଜୁରିକ୍ ଓ ଜେନିଭା ତନ୍ମଧ୍ୟରୁ ଅନ୍ୟତମ ।
ରଥଯାତ୍ରା ଠାରୁ ପାଞ୍ଚଦିନ ଅର୍ଥାତ ଆଷାଢ଼ ଶୁକ୍ଳ ପଞ୍ଚମୀ ଦିନକୁ ହେରାପଞ୍ଚମୀ କୁହାଯାଏ ।ରଥଯାତ୍ରାରେ ଜଗନ୍ନାଥ ନିଜ ପତ୍ନୀଙ୍କୁ ଉପେକ୍ଷା କରି ନିଜର ଭାଇ ଓ ଭଉଣୀଙ୍କୁ ନେଇ ଗୁଣ୍ଡିଚା ମନ୍ଦିର ଯିବାପରେ, ମହାଲକ୍ଷ୍ମୀ ରୋଷ ହୋଇ ଏହାର କାରଣ ପଚାରିବା ନିମନ୍ତେ ଏକ ସୁସଜ୍ଜିତ ପାଲିଙ୍କିରେ ଆଡ଼ପ ମଣ୍ଡପକୁ ଯାତ୍ରା କରିଥାନ୍ତି । ତେବେ ମହାଲକ୍ଷ୍ମୀଙ୍କ କ୍ରୋଧ ଜର୍ଜରିତ ରୂପ ଦେଖି ମହାପ୍ରଭୁଙ୍କ ସେବକମାନେ ଗୁଣ୍ଡିଚା ମନ୍ଦିରର ମୁଖ୍ୟଦ୍ୱାର ବନ୍ଦ କରିଦିଅନ୍ତି । ନାକଚଣା ବାଟ ଦେଇ ଜଗମୋହନକୁ ଯାଇ ବିମଳାଙ୍କ ପ୍ରଦତ୍ତ କର୍ପୁରରେ ଲକ୍ଷ୍ମୀ ଆଳତି କରନ୍ତି । ପତ୍ନୀଙ୍କ ରାଗ ଶାନ୍ତ କରିବା ପାଇଁ ମହାପ୍ରଭୁ ଦୁଇଦିନ ମଧ୍ୟରେ ଫେରିଯିବାର ପ୍ରତିଶୃତି ଦେଇ ରଥ ଦକ୍ଷିଣ ମୋଡ଼ କରିବା ନିମନ୍ତେ ବରାଦ କରିଥାନ୍ତି । ଲୋକାଚାର ଦୃଷ୍ଟିରୁ ଜଗନ୍ନାଥ ଲକ୍ଷ୍ମୀଙ୍କୁ ସିଂହାସନ ପାଖକୁ ନ ନେବାରୁ କ୍ରୋଧ ଜର୍ଜରିତା ପତ୍ନୀ ରଥର କିଛି ଅଂଶ ଭାଙ୍ଗି ଦେଇ ହେରାଗୌରୀ ସାହି ବାଟେ ଫେରି ଆସନ୍ତି ।
ଭଗବାନ ବିଷ୍ଣୁଙ୍କର ଦଶାବତାର କଥା ଶୁଣିଲେ ଓ ଓଡ଼ିଶୀ ନାଚର ଦଶ ଅବତାର ଭଙ୍ଗୀ ଦେଖିଲେ ବୁଝାପଡ଼େ ମଣିଷ କିପରି ଏ ପୃଥିବୀକୁ ଆସିଲା । ବିବର୍ତ୍ତନବାଦୀମାନେ କହନ୍ତି, ପୃଥିବୀଟା ବହୁ ପୁରାକାଳରେ ଖାଲି ବାଷ୍ପମୟ ଥିଲା । କ୍ରମେ କ୍ରମେ ସେ ବାଷ୍ପରାଶି ଶୀତଳ ହୋଇଯାଇ ନାନାପ୍ରକାର ପଦାର୍ଥ ଓ ରାସାୟନିକ ଦ୍ରବ୍ୟରେ ପରିଣତ ହେଲା । ପାଣି ମଧ୍ୟ ତିଆରି ହେଲା । ସେ ପାଣିରେ ପ୍ରଥମେ ଛୋଟ ଛୋଟ ଜୀବ ଉତ୍ପନ୍ନ ହେଲେ । ସେ ଛୋଟ ଛୋଟ ଜୀବ ନାନା ଘାତ ପ୍ରତିଘାତ ମଧ୍ୟରେ ଯାଇ ଆସ୍ତେ ଆସ୍ତେ ଉନ୍ନତ ଧରଣର ହେଲେ । ପରେ ମାଛମାନଙ୍କର ଆବିର୍ଭାବ ହେଲା । ସେ ମାଛମାନେ କ୍ରମେ କ୍ରମେ ଜଳରୁ ସ୍ଥଳଭାଗକୁ ଆସିଲେ । ତା ପରେ ନାନା ପ୍ରକାର ସରୀସୃପ ବା ସାପ ଜାତୀୟ ଓ ବେଙ୍ଗ ଜାତୀୟ ଜୀବ ସୃଷ୍ଟି ହେଲେ । ସେଥିରୁ କ୍ରମେ କ୍ରମେ ନାନା ପ୍ରକାର ଡାଇନୋସର ଓ ଅନ୍ୟାନ୍ୟ ପ୍ରକାରର ଜୀବ ସୃଷ୍ଟି ହୋଇ ଶେଷରେ ମାଙ୍କଡମାନଙ୍କର ଆବିର୍ଭାବ ହେଲା । ଏସବୁ ହେବାକୁ କୋଟି କୋଟି ବର୍ଷ ଲାଗିଥିଲା ବୋଲି ବୈଜ୍ଞାନିକମାନେ କହନ୍ତି । ତା ପରେ ଆସିଲା ମଣିଷ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଦେବସ୍ନାନ ପୂର୍ଣ୍ଣିମା ବା ସ୍ନାନଯାତ୍ରା, ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀକ୍ଷେତ୍ରରେ ପାଳନ କରାଯାଏ । ଏହି ଦିନ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯାଏ । ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯାଇଥାଏ । ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ । ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ । ଏହା ରଥଯାତ୍ରା ଆଗରୁ ପାଳିତ ହେଉଥିବା ଏକ ପୂଜା ବିଧି ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣାଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URIଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URLଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ଅତି ଗୁରୁତର ଘୂର୍ଣ୍ଣିବାତ୍ୟା ଫଣୀ ( /ˈfɒniː/; ବଙ୍ଗଳା: ফণী) ୨୦୧୯ ମସିହା ମଇ ମାସ ପ୍ରାରମ୍ଭରେ ଆସିଥିବା ଏକ ଶକ୍ତିଶାଳୀ କ୍ରାନ୍ତୀୟ ଘୁର୍ଣ୍ଣିବାତ୍ୟା । ଏହାକୁ ଫୋନୀ, ଫନି ଏବଂ ଫନୀ ନାମରେ ମଧ୍ୟ ଉଲ୍ଲେଖ କରାଯାଇଥାଏ । ଏହା ପୂର୍ବ ଭାରତରେ ପୁରୀଠାରେ ମଇ ମାସ ୩ ତାରିଖ ସକାଳରେ ଲ୍ୟାଣ୍ଡଫଲ କରିଥିଲା । ୨୦୧୯ ଉତ୍ତର ଭାରତୀୟ ମହାସାଗର ବାତ୍ୟା ଋତୁର ଫଣୀ ପଞ୍ଚମ ଗୁରୁତର ଝଡ଼ବାତ୍ୟା ଏବଂ ଚତୁର୍ଥ ନାମିତ ବାତ୍ୟା ଥିଲା । ଫଣୀ ପ୍ରଭାବରେ ଓଡ଼ିଶାର ପୁରୀ ଜିଲ୍ଲା ଏବଂ ଭୁବନେଶ୍ୱର ସର୍ବାଧିକ କ୍ଷତିଗ୍ରସ୍ତ ହୋଇଥିଲାବେଳେ ପାଖାପାଖି ଦେଢ଼ କୋଟିରୁ ଅଧିକ ଲୋକ ପ୍ରଭାବିତ ହୋଇଥିଲେ । ଓଡ଼ିଶାର ପ୍ରାୟ ୧୩ଟି ଜିଲ୍ଲାରେ ଏହି ବାତ୍ୟାଦ୍ୱାରା ପ୍ରଭାବିତ ହୋଇଥିଲା । ବଙ୍ଗଳାଦେଶରେ ଫଣୀ ଯୋଗୁଁ ୧୫ ଜଣଙ୍କର ମୃତ୍ୟୁ ଘଟିଥିଲା । ଓଡ଼ିଶାରେ ୪୧ ଜଣ ବ୍ୟକ୍ତିଙ୍କ ସମେତ ୩୪ ଲକ୍ଷ ୫୨ ହଜାର ପଶୁପକ୍ଷୀଙ୍କର ମୃତ୍ୟୁ ଘଟିଥିଲା ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଓଡ଼ିଶାର ହିନ୍ଦୁ ଧର୍ମର ବ୍ରାହ୍ମଣ ଜାତି ଉତ୍କଳ ବ୍ରାହ୍ମଣ ନାମରେ ଜଣା । ଏମାନେ ଏବେକାର ଓଡ଼ିଶା, ପଶ୍ଚିମ ବଙ୍ଗ, ଛତିଶଗଡ଼, ଆନ୍ଧ୍ର ପ୍ରଦେଶ ଓ ଝାଡ଼ଖଣ୍ଡରେ ବସବାସ କରିଥାନ୍ତି । ଏହି ବ୍ରାହ୍ମଣଗୋଷ୍ଠୀଗୁଡ଼ିକର ମାତୃଭାଷା ଓଡ଼ିଆ ତଥା ସମୁଦାୟ ଓଡ଼ିଆ ଜନସଂଖ୍ୟାର ୯% ଭାଗ ଏହିମାନେ ଅଧିକାର କରିଛନ୍ତି । ଏମାନଙ୍କ ଗୁଣସୂତ୍ର ବା କ୍ରୋମୋଜୋମ ଗୁଡ଼ିକ ମଧ୍ୟଏସିଆ ଓ ଉତ୍ତର ଭାରତର ଅନେକ ଜନଜାତି ସହ ମିଳିଥାଏ । କୁହାଯାଏ କି ପୁରାତନ ଯୁଗରେ କଳିଙ୍ଗ ଏକ ବ୍ରାହ୍ମଣ ବିହୀନ ସାମ୍ରାଜ୍ୟ ଥିଲ। । ପ୍ରଥମରୁ ଅଷ୍ଟମ ଶତାବ୍ଦୀ ମଧ୍ୟରେ ଉତ୍ତର ଭାରତର ଗଙ୍ଗା ନଦୀ କୁଳରୁ ଅନେକ ବ୍ରାହ୍ମଣ କଳିଙ୍ଗ ରାଜାଙ୍କ ନିମନ୍ତ୍ରଣରେ କଳିଙ୍ଗ ପ୍ରଦେଶକୁ ଆସି ଯାଜପୁରର ବୈତରଣୀ ନଦୀ କୁଳରେ ବସବାସ କରିବା ଆରମ୍ଭ କଲେ। କାଳକ୍ରମେ ସେମାନେ ଓଡ଼ିଶାର ବାକି ଜାଗାମାନଙ୍କରେ ବାସ କରିବା ଆରମ୍ଭକଲେ। ଚୀନର ମହାନ ଦାର୍ଶନିକ ହୁଏନସାଙ୍ଗ ମଧ୍ୟ ତାଙ୍କ ଲେଖାରେ ଉତ୍କଳ ବ୍ରାହ୍ମଣମାନଙ୍କ ଭବ୍ୟ ଯଜ୍ଞ ଓ ବୈତରଣୀ ନଦୀ କୁଳରୁ ଉଠୁଥିବା ପାବନ ଧୁଆଁ ବିଷୟରେ ବର୍ଣ୍ଣନା କରିଛନ୍ତି ।