ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ସୁରମା ପାଢ଼ୀ (ଜନ୍ମ: ୨୯ ଡିସେମ୍ବର ୧୯୬୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟି ରାଜନୈତିକ ଦଳ ସହ ସଂପୃକ୍ତ ଅଛନ୍ତି । ସୁରମା ଓଡ଼ିଶା ବିଧାନ ସଭାକୁ ଜଣେ ବିଧାୟିକା ଭାବରେ ନିର୍ବାଚିତ ହୋଇଥିଲେ । ୨୦୦୪ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଚନ୍ଦ୍ରଯାନ-୨ ଭାରତର ଦ୍ୱିତୀୟ ଚନ୍ଦ୍ର ଅଭିଯାନ ଥିଲା । ଚନ୍ଦ୍ରଯାନ-୧ର ସଫଳତା ପରେ ଭାରତୀୟ ଅନ୍ତରୀକ୍ଷ ଅନୁସନ୍ଧାନ ସଂଗଠନ ବା ଇସ୍ରୋଦ୍ୱାରା ଏହି ମିଶନର ପରିକଳ୍ପନା କରାଯାଇଥିଲା । ଚନ୍ଦ୍ରଯାନ-୨ ଅଭିଯାନରେ ଇସ୍ରୋକୁ ୯୫ ପ୍ରତିଶତ ସଫଳତା ମିଳିଥିଲା ।ଏହାର ପୂର୍ବବର୍ତ୍ତୀ ଅଭିଯାନ ଚନ୍ଦ୍ରଯାନ-୧ ପରି ଚନ୍ଦ୍ରଯାନ-୨ ସାଇଣ୍ଟିଫିକ୍ ପେଲୋଡ୍ ସହିତ ଏକ ମୁନ୍-ଅର୍ବିଟର ଚନ୍ଦ୍ର ଚାରିପଟେ ପ୍ରଦିକ୍ଷଣ କରିଥିଲା । ଯୋଜନା ମୁତାବକ ଚନ୍ଦ୍ରଯାନ-୨ ଚନ୍ଦ୍ରର କକ୍ଷ ପଥରେ ପହଞ୍ଚିବା ପରେ, ପ୍ରଜ୍ଞାନ ରୋଭରକୁ ନେଇ ବିକ୍ରମ ଲ୍ୟାଣ୍ଡର ଚନ୍ଦ୍ର ପୃଷ୍ଠରେ ଏକ ଅପେକ୍ଷାକୃତ ଉଚ୍ଚ ମଇଦାନରେ ଅବତରଣ କରିବାକୁ ଚେଷ୍ଟା କରିଥିଲା । ଚନ୍ଦ୍ର ଭୂମିପୃଷ୍ଠକୁ ଅବତରଣ କରିବାବେଳେ, ଚନ୍ଦ୍ରପୃଷ୍ଠରୁ ୨.୧ କିଲୋମିଟର ଉଚ୍ଚତାରେ ଥିବା ସମୟରେ ବିକ୍ରମ ଲ୍ୟାଣ୍ଡରରୁ ଇସ୍ରୋକୁ ସମସ୍ତ ଯୋଗାଯୋଗ ବିଛିନ୍ନ ହୋଇଯାଇଥିଲା ଏବଂ ବିକ୍ରମ ନିର୍ଦ୍ଧାରିତ କକ୍ଷପଥରୁ ବିଚ୍ୟୁତ ହୋଇଥିଲା ଏବଂ ସିଧା ସିଧା ତଳକୁ ଖସି ନିର୍ଦ୍ଧାରିତ ଅବତରଣ ସ୍ଥାନରୁ ୧ କିଲୋମିଟର ଦୂରରେ ଅବତରଣ କରିଥିଲା ।ଅନ୍ୟପକ୍ଷରେ ଚନ୍ଦ୍ରଯାନ-୨ର ଅର୍ବିଟର୍ ଅତି କମରେ ୭.୫ ବର୍ଷ ଧରି ଜହ୍ନ ଚାରିପଟେ ପରିକ୍ରମା କରିବ ଏବଂ ଏଥିରେ ଥିବା ଅୱଲୋହିତ (infrared) କ୍ୟାମେରାଦ୍ୱାରା ଜହ୍ନର ଦକ୍ଷିଣ ମେରୁ ଅଞ୍ଚଳରେ ଜଳ କିମ୍ବା ବରଫର ଚିହ୍ନଟ କରିବାକୁ ଚେଷ୍ଟା କରିବ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ପ୍ରଫୁଲ୍ଲ କୁମାର ମହାନ୍ତି(ଜନ୍ମ : ୧୯୩୯) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ଓଡ଼ିଆ ସାହିତ୍ୟିକ । ସେ ଉଭୟ ଇଂରାଜୀ ଓ ଓଡ଼ିଆରେ ପ୍ରବନ୍ଧ, ଅନୁବାଦ, ନାଟକ ଓ ଗଳ୍ପ ଆଦି ଲେଖିଥାନ୍ତି । ତାଙ୍କର ପ୍ରାୟ ୧୪ଟି ପୁସ୍ତକ ପ୍ରକାଶ ପାଇସାରିଛି । ବୃତ୍ତିରେ ସେ ଜଣେ ଅଧ୍ୟାପକ ଥିଲେ । ସେ ରେଭେନ୍ସା ମହାବିଦ୍ୟାଳୟର ଅଧ୍ୟକ୍ଷ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଓଡ଼ିଶାର ଅଧ୍ୟକ୍ଷ ଭାବରେ କାର୍ଯ୍ୟ କରିଥିଲେ । ୧୯୯୭ରେ ସ୍ୱେଚ୍ଛାକୃତ ଅବସରପରେ ସେ ସାମ୍ବାଦିକତା ମଧ୍ୟ କରିଥିଲେ ।
ରଣପୁର (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ରଣପୁର (କ୍ରମିକ ସଂଖ୍ୟା: ୧୧୯) ନୟାଗଡ଼ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳଗୁଡ଼ିକ ହେଲା ରଣପୁର ବ୍ଳକ ଓ ଓଡ଼ଗାଁ ବ୍ଳକର କିଛି ଅଞ୍ଚଳ ।ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ରବିନାରାୟଣ ମହାପାତ୍ର ଭାରତୀୟ ଜନତା ପାର୍ଟି ପ୍ରାର୍ଥିନୀ ସୁରମା ପାଢୀଙ୍କ ଠାରୁ ୧୬୪୨୬ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।୨୦୦୯ ବିଧାନ ସଭା ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ସତ୍ୟନାରାୟଣ ପ୍ରଧାନ, ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ ସୁରମା ପାଢ଼ୀଙ୍କଠାରୁ ୨୧,୬୦୧ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଝାନସୀର ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ୱାଧୀନତା ସଂଗ୍ରାମର ଜଣେ ନାୟିକା । ସ୍ୱଦେଶ ଓ ସ୍ୱଜାତିକୁ ପରାଧୀନତାର ଶକ୍ତ ବନ୍ଧନରୁ ମୁକ୍ତ କରିବା ପାଇଁ ଯେଉଁ ନାରୀମାନେ ଆଗକୁ ମାଡି ଆସିଥିଲେ ସେମାନଙ୍କ ମଧ୍ୟରେ ଲକ୍ଷ୍ମୀବାଈ ଅଗ୍ରଗଣ୍ୟା। ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗ ଚାଳନା, ଅଶ୍ୱାରୋହଣ, ବିଭିନ୍ନ୍ ପ୍ରକାର ଶାରୀରିକ ବ୍ୟାୟମ,ଦୁର୍ଦ୍ଦାନ୍ତ ହସ୍ତୀ ମାନଙ୍କୁ ଆୟତ କରିବା ଆଦି ପୁରୁଷ ସୁଲଭ କଳାରେ ସେ ପାରଙ୍ଗମ ଥିଲେ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ସଂସ୍କୃତ ଭାଷାରେ ଲିଖିତ ଅର୍ଥଶାସ୍ତ୍ର ପ୍ରାଚୀନ ଭାରତର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ଏଥିରେ ରାଜ୍ୟ ପରିଚାଳନା, ରାଜନୀତି, ସମରନୀତି ପରି ଅନେକ ଗୁରୁତ୍ତ୍ୱପୂର୍ଣ୍ଣ ବିଷୟ ବର୍ଣ୍ଣିତ ହୋଇଛି । କୌଟିଲ୍ୟ ଏହି ଶାସ୍ତ୍ରର ରଚୟିତା । କୌଟିଲ୍ୟ ବିଷ୍ଣୁଗୁପ୍ତ ଓ ଚାଣକ୍ୟ ନାମରେ ମଧ୍ୟ ପ୍ରସିଦ୍ଧ । କେତେକ ମତାନୁସାରେ ଅନେକ ଶତାବ୍ଦୀ ଧରି ବିଭିନ୍ନ ଶ୍ଳୋକର ସମାହାରରେ ଏହି ଶାସ୍ତ୍ରର ରଚନା ହୋଇଛି ଏବଂ ଏହାର ମୁଖ୍ୟ ଶ୍ରେୟ ଚାଣକ୍ୟଙ୍କୁ ଦିଆଯାଇଛି । ତକ୍ଷଶିଳାର ମହାଜ୍ଞାନୀ ଚାଣକ୍ୟ ସମ୍ରାଟ ଚନ୍ଦ୍ରଗୁପ୍ତ ମୌର୍ଯ୍ୟଙ୍କ ଗୁରୁ ଓ ଉପଦେଷ୍ଟା ଥିଲେ । କିନ୍ତୁ କେତେକ ଐତିହାସିକ ଏହି ତଥ୍ୟକୁ ଗ୍ରହଣ କରି ନାହାନ୍ତି।
ରଘୁନାଥ ହେମ୍ବ୍ରମ (୧ ସେପ୍ଟେମ୍ବର ୧୯୪୩ - ୧୬ ଜୁଲାଇ ୨୦୦୩) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ରଘୁନାଥ ଓଡ଼ିଶା ରାଜନୀତିରେ ଜନତା ଦଳ ଓ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଚାରିଥର କାର୍ଯ୍ୟ କରିଥିଲେ । ୧୯୭୭, ୧୯୮୦, ୧୯୯୦ ଓ ୧୯୯୫ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କରଞ୍ଜିଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୭ମ, ୮ମ, ୧୦ମ ଓ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଶ୍ରୀନିବାସ ରାମାନୁଜନ FRS ( pronunciation ) (୨୨ ଡିସେମ୍ବର ୧୯୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ ’ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଟିକଟକ, ଯାହା ଡଇନ (ଚୀନ: 抖音; ପିନଇନ : Dǒuyīn; ଆକ୍ଷରିକ ଅର୍ଥ: 'ଶବ୍ଦ କମ୍ପନ') ନାମରେ ମଧ୍ୟ ଚୀନରେ ଜଣାଶୁଣା ଏକ ଆଣ୍ଡ୍ରୋଏଡ ଏବଂ ଆଇଓଏସ ଆପ ବା ଆପ୍ଲିକେସନ, ଯେଉଁଥିରେ ଛୋଟ ଛୋଟ ସମୟର ଅବଧିଯୁକ୍ତ ଭିଡିଓ ତିଆରି କରାଯାଇ ବଣ୍ଟା ଯାଇଥାଏ । ତିନିରୁ ପନ୍ଦର ସେକେଣ୍ଡ ସମୟ ବିଶିଷ୍ଟ ସଙ୍ଗୀତ ଭିଡିଓ ତିଆରି ହୋଇଥାଏ ଏବଂ ବାରମ୍ବାରତା ଛୋଟ ଭିଡିଓ ୩ରୁ ୬୦ ସେକେଣ୍ଡର ତିଆରି ହୋଇଥାଏ ।ଏହା ବାଇଟଡ୍ୟାନ୍ସ ନାମକ ଏକ କମ୍ପାନୀଦ୍ୱାରା ପରିଚାଳିତ । ଚୀନରେ ସେପ୍ଟେମ୍ବର ମାସ ୨୦୧୬ ମସିହାରେ ଏହା ପ୍ରଥମେ ଡଇନ ନାମରେ ଆରମ୍ଭ ହୋଇଥିଲା ଏବଂ ଅନ୍ୟ ଦେଶର ବଜାରଗୁଡିକୁ ଏକବର୍ଷ ପରେ ଟିକଟକ ନାମରେ ଛଡ଼ା ଯାଇଥିଲା । ଅକ୍ଟୋବର ମାସ ୨୦୧୮ରେ ଏହି ଆପଟି ଯୁକ୍ତରାଷ୍ଟ୍ରରେ ସବୁଠାରୁ ଅଧିକ ଡାଉନଲୋଡ଼ କରାଯାଇଥିଲା । ୨୦୧୮ ମସିହା ସୁଦ୍ଧା ଏହା ୧୫୦ଟି ଦେଶରେ, ୭୫ଟି ଭାଷାରେ ଉପଲବ୍ଧ ଅଟେ । ଜୁଲାଇ ମାସ ୨୦୧୮ ମସିହାରେ ଏହାର ୫୦ କୋଟିରୁ ଅଧିକ ଗ୍ରାହକ ଥିଲେ ।
ଓଡ଼ିଶାରେ ମୁଖ୍ୟତଃ ଚାରିଗୋଟି ରଥଯାତ୍ରା ଅନୁଷ୍ଠିତ ହୁଏ । ବର୍ଷର ପ୍ରତି ତିନିମାସରେ ଥରେ ଗୋଟିଏ ରଥଯାତ୍ରା ହୁଏ । ଚୈତ୍ରମାସ ଶୁକ୍ଳ ଅଷ୍ଟମୀରେ ରୁକୁଣା ରଥଯାତ୍ରା, ଆଷାଢ ମାସ ଦ୍ୱିତୀୟାରେ ଗୁଣ୍ଡିଚା ରଥଯାତ୍ରା, ଆଶ୍ୱିନରେ ଦୁର୍ଗାଙ୍କ ଏବଂ ମାଘ ମାସ ପଞ୍ଚମୀରେ କୋଣାର୍କ ସୌର ରଥଯାତ୍ରା ପାଳନ ହେଉଥିବାର ପୁରାଣରେ ବର୍ଣ୍ଣନା ଅଛି । କିନ୍ତୁ ପ୍ରତି ତିନି ମାସ ବ୍ୟବଧାନରେ ଗୋଟିଏ ରଥଯାତ୍ରା ଅନୁଷ୍ଠିତ ହେଉଥିବାରୁ କୋଣାର୍କର ସୌର ରଥଯାତ୍ରା ମାଘ ମାସ ପରିବର୍ତ୍ତେ ପୌଷମାସରେ ଅନୁଷ୍ଠିତ ହୁଏ ।
ବଳଦେବ ରଥ (୧୭୮୯ - ୧୮୪୫) ଗଞ୍ଜାମ ଜିଲ୍ଲାର ଜଣେ ଓଡ଼ିଆ ରୀତି ଯୁଗର କବି । ସେ କବିସୂର୍ଯ୍ୟ ଭାବେ ପରିଚିତ । ଏକାଧାରରେ ଜଣେ କବି ଓ ସଙ୍ଗୀତକାର ଭାବରେ କବିତା, ଚମ୍ପୂ ଆଦିର ରଚନା କରି ସ୍ୱରସଂଯୋଜନା କରିଥିଲେ । ଗଞ୍ଜାମ ଜିଲ୍ଲାର ଢୁମ୍ପା ସଙ୍ଗୀତକୁ କବିସୂର୍ଯ୍ୟ ଆରମ୍ଭ କରିଥିଲେ ଓ ଗୀତ ରଚନା କରିଥିଲେ । ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଚନ୍ଦ୍ରଗୁପ୍ତ ମୌର୍ଯ୍ୟ (ରାଜ୍ୟକାଳ : 321 ଖ୍ରୀ: ପୂରୁ 298 ଖ୍ରୀ: ପୂ ) "ମୌର୍ଯ୍ୟ" ସାମ୍ରାଜ୍ୟର ପ୍ରତିଷ୍ଠାତା ଥିଲେ । ସେ ଏକ ସାଧାରଣ ପରିବାରରେ ଜନ୍ମଗଜନ୍ମଗ୍ରହଣ କରିଥିଲେ । ସେ କୌଟିଲ୍ୟ ଚାଣକ୍ୟଙ୍କର (ଅର୍ଥଶାସ୍ତ୍ରର ରଚୟୀତା) ଶିଷ୍ୟ ଥିଲେ । ଚନ୍ଦ୍ରଗୁପ୍ତ ମୌର୍ଯ୍ୟ ହିଁ ଦେଶର ପ୍ରଥମ ଶାସକ ଥିଲେ ଯିଏକି ସମ୍ପୂର୍ଣ ଭାରତକୁ ସର୍ବ ପ୍ରଥମେ ନିଜ ଅଧୀନକୁ ଆଣିଥିଲେ । ଐତିହାସିକ ମାନଙ୍କ ମତରେ ସେ ଜୈନଧର୍ମଲମ୍ବୀ ଥିଲେ । ସେ ତାଙ୍କର ଶାସନ ପଦ୍ଧତି ସବୁ ଶିଲଲେଖ ମାଧ୍ୟମରେ ଲେଖଉଥିଲେ, ଯାହାକି ଆଜି ମଧ୍ୟ ଦେଖିବାକୁ ମିଳେ । ତାଙ୍କର ନାତି ଯିଏ କି ସମ୍ରାଟ ''ଅଶୋକ'' ନାମରେ ସାରା ବିଶ୍ୱରେ ପରିଚିତ ସେ ଏକ ଐତିହାସିକ ସ୍ତମ୍ବ ସ୍ଥାପନ କରିଥିଲେ ଏବଂ ସେ ଭାରତରେ ବୌଦ୍ଧ ଧର୍ମର ପ୍ରଚାର ପ୍ରସାର ପାଇଁ ଅନେକ ଉଲେଖନୀୟ କାର୍ଯ୍ୟ କରିଥିଲେ । ମହାନ ଗ୍ରୀକ ଦାର୍ଶନିକ ମେଘାସ୍ଥିନିସ ତାଙ୍କ ଦରବାରରେ ୪ ବର୍ଷ ଗ୍ରୀକ ପ୍ରତିନିଧି ଭାବରେ କାର୍ଯ୍ୟ କରିଥିଲେ । ଗ୍ରୀକ ଓ ଲାଟିନରେ ଚନ୍ଦ୍ରଗୁପ୍ତ ''ସାନ୍ଦ୍ରୋକୋଟୋସ'' ଏବଂ ''ଅଣ୍ଡ୍ରୋକୋଟୋସ'' ନାମରେ ମଧ୍ୟ ପରିଚିତ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ପ୍ରଥମ ମାଟିର ସ୍ପର୍ଶ ହୁଏ କେନ୍ଦୁଝର ଜିଲ୍ଲା ସଦର ବ୍ଲକ୍ ଅନ୍ତର୍ଗତ ବାଉରୀପଦା ପଞ୍ଚାୟତ ଅଧିନରେ ଥିବା କୁଶପଦା ନାମକ ଗ୍ରାମ । ଶିକ୍ଷା ଆରମ୍ଭ ହୁଏ ସରସ୍ୱତୀ ଶିଶୁ ମନ୍ଦିର, କେମ୍ପସଡ଼ା ( ଗାଁ ପାଖରେ ) । ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ସେଠାରେ ପଢି ଉଚ୍ଚ ଶ୍ରେଣୀରେ ନାମ ଲେଖାଏ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର, ବଣିଆପାଟ ରେ.... ଇତି ମଧ୍ୟରେ ଶିକ୍ଷା ବିକାଶ ସମିତିଙ୍କ ମାସିକ ପତ୍ରିକା ଶିକ୍ଷା ସୃଜନୀରେ ପ୍ରକାଶିତ ହୋଇଥାଏ ମୋର ଏକ ଚିତ୍ର । ଚିତ୍ରଟି ଥାଏ ଅଖଣ୍ଡ ଭାରତ । ଏବଂ ସେ ପତ୍ରିକାର ପ୍ରଚ୍ଛଦରେ ମଧ୍ୟ ଅଖଣ୍ଡ ଭାରତର ପୂଜାରୀ ଶ୍ରୀ ଅରବିନ୍ଦଙ୍କର ଚିତ୍ର । ପ୍ରଥମକରି ବହିରେ ବାହାରିଥାଏ ମୋର ଚିତ୍ର ହେଲେ ମୋର ଫୋଟ ବାହାରିବା କଥା କିଛି ନୂଆ ନଥାଏ କାରଣ ପ୍ରାଦେଶିକ ସ୍ତର ଜ୍ଞାନ ବିଜ୍ଞାନ ମେଳା, ଭାରତୀକୃଷ୍ଣ ଗଣିତ ମେଧା ଏବଂ ସରକାରୀ ବୃତ୍ତିର ସଫଳତା ମୋ ପାଖରେ ଥାଏ । ସପ୍ତମ ଶ୍ରେଣୀରେ ଗୋଟିଏ ବିଦ୍ୟାଳୟ ଛାଡି ଅନ୍ୟ ଏକ ବିଦ୍ୟାଳୟ ଯାଉଥିବାରୁ ସେ ବର୍ଷର ଶ୍ରେଷ୍ଠ ଛାତ୍ର ଭାବେ ପୁରସ୍କୃତ ହୁଏ । ସେହି ବାର୍ଷିକ ଉତ୍ସବରେ ଉପସ୍ଥିତ ଥାଆନ୍ତି ଇଂ. ଅମରବର ଖଟୁଆ ( ବୈଦିକ ଗଣିତ ବହିର ସଂକଳକ ) ଏବଂ ମୁଖ୍ୟ ଅତିଥିର ଆସନରେ ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘର ଜଣେ ବରିଷ୍ଠ କାର୍ଯ୍ୟ କର୍ତ୍ତା ଆସିଥାଆନ୍ତି । ( ନାମ ମନେ ପଡୁନି ) ହେଲେ ନିମନ୍ତ୍ରଣ ପତ୍ରରେ ଲେଖାଥାଏ ଏବଂ ପରିଚୟ ଲେଖାଥାଏ ସ୍ୱୟଂ ସେବକ ଏବଂ ବନ୍ଧନୀ ମଧ୍ୟରେ ଲେଖାଥାଏ ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ । ସେ କିଛି ବହି ମଧ୍ୟ ଲେଖିଥିଲେ ସେ ସମୟରେ ଏବଂ ସେ ବିଦ୍ୟାଳୟର ବେଦମତୀ ଗୁରୁମା ମୋତେ ସେ ବହି କୁ ଦେଖାଇ କହନ୍ତି -" ଅବିନାଶ ଭାଇ...
ଗୋପାଳ ଚନ୍ଦ୍ର ପ୍ରହରାଜ (୧୮୭୪-୧୯୪୫) ଜଣେ ଖ୍ୟାତନାମା ଓଡ଼ିଆ ଭାଷାବିଦ, ଲେଖକ ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ଏକ ସମ୍ଭ୍ରାନ୍ତ ଜମିଦାର ବ୍ରାହ୍ମଣ ପରିବାରରେ ହୋଇଥିଲା । ପେଷାରେ ଜଣେ ଓକିଲ ହୋଇଥିଲେ ମଧ୍ୟ ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।
ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ ଭାବେ ଗଜପତି ମହାରାଜାଙ୍କର ସେବା ହେଉଛି ବଂଶାନୁକ୍ରମିକ । ଏହା ଏକା ଏକା ସେବା ସେବା, ଗୋଷ୍ଠୀ ସେବା ନୁହେଁ । ଶ୍ରୀଜଗନ୍ନାଥ ମନ୍ଦିର ସ୍ୱତ୍ୱଲିପିରେ ଏହିସେବାକୁ ଗଜପତି ମହାରାଜା ସେବା ଭାବରେ ଉଲ୍ଲେଖ କରାଯାଇଛି । ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଥମ ସେବକ ଭାବେ ଗଜପତି ମହାରାଜା ପ୍ରତ୍ୟହ ଶ୍ରୀମନ୍ଦିରରୁ ଖେଇ ସ୍ୱରୂପ ମହାପ୍ରସାଦ ପାଇଥାନ୍ତି । ପ୍ରତିଦିନ ମହାପ୍ରଭୁ (ଜଗନ୍ନାଥ) ବାଡ଼ପହୁଡ଼ ସମୟର ମାଳଚୂଳ, ପଇଡ଼ ଇତ୍ୟାଦି ଏବଂ ମଙ୍ଗଳ ଆଳତି ପ୍ରସାଦ ଚର୍ଚ୍ଚା କର୍ମଚାରୀ ଶ୍ରୀନଅରକୁ ନେଇଥାନ୍ତି । ମହାପ୍ରଭୁଙ୍କ ଅବକାଶ ନୀତି ଜଳ ପ୍ରତିଦିନ ମୂଖପ୍ରଖାଳ ପ୍ରତିହାରୀ ଶ୍ରୀନଅରରେ ଦିଅନ୍ତି । ବଡୁ ମହାପାତ୍ର ପ୍ରତ୍ୟେକ ଧୂପରେ, ପର୍ବପର୍ବାଣୀ ଦିନମାନଙ୍କରେ ଶ୍ରାଦ୍ଧ ଓ ସ୍ୱନକ୍ଷତ୍ର ଦିବସରେ ଶ୍ରୀମନ୍ଦିରରୁ ଶ୍ରୀନଅରକୁ ତାଟ ଦିଅନ୍ତି । ମହାରାଣୀ ଓ ଜେନାମଣି ଖେଇ ସ୍ୱରୂପ ମହାପ୍ରସାଦ ପାଇଥାନ୍ତି । ଗଜପତି ମହାରାଜା, ମହାରାଣୀ ଏବଂ ଜେନାମଣିଙ୍କ ସ୍ୱନକ୍ଷତ୍ରରେ ଶ୍ରୀମନ୍ଦିରରେ ଅଧିକ ଭୋଗ ହୋଇ ଶ୍ରୀନଅରକୁ ତାଟ ଯାଏ । ପ୍ରତି ଏକାଦଶୀ ତିଥି ନିଶାର୍ଦ୍ଧରେ ଗଜପତିଙ୍କ ଶୁଭକାମନା କରି ଶ୍ରୀମନ୍ଦିର ନୀଳଚକ୍ରଠାରେ ମହାଦୀପ ଉଠେ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଉତ୍କଳ ଗ୍ରାମୀଣ ବ୍ୟାଙ୍କ(ଇଂରାଜୀ: Utkal Grameen Bank), ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଥିବା ବିଭିନ୍ନ ଗ୍ରାମ୍ୟ ବ୍ୟାଙ୍କ ଗୁଡିକର ସମ୍ମିଶ୍ରିତ କରି ଗଢା ଯାଇଥିବା ଏକ ଆଞ୍ଚଳିକ ଗ୍ରାମ୍ୟ ଭିତ୍ତିକ ବ୍ୟାଙ୍କ । ଏହା ୧ ନଭେମ୍ବର ୨୦୧୨ରେ ଗଠନ କରାଯାଇଥିଲା । ସରକାରଙ୍କ ପ୍ରଣିତ ଆଞ୍ଚଳିକ ଗ୍ରାମ୍ୟ ବ୍ୟାଙ୍କ ଆଇନ ୧୯୭୬ର ବ୍ୟବସ୍ଥା ଅନୁଯାୟୀ ଏହା ପରିଗଠିତ । ଏହି ବ୍ୟାଙ୍କ ଭରତ ସରକାରଙ୍କ ବ୍ୟାଙ୍କ ଷ୍ଟେଟ ବ୍ୟାଙ୍କ ଓଫ ଇଣ୍ଡିଆ ଓ ଓଡ଼ିଶା ସରକାରଙ୍କ ମିଳିତ ପ୍ରଯୋଜନା ସହିତ ପରିଚାଳିତ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଅର୍ଦ୍ଧଶତାବ୍ଦୀର ଓଡ଼ିଶା ଓ ତହିଁରେ ମୋର ସ୍ଥାନ
ଅର୍ଦ୍ଧଶତାବ୍ଦୀର ଓଡ଼ିଶା ଓ ତହିଁରେ ମୋର ସ୍ଥାନ ଗୋଦାବରୀଶ ମିଶ୍ରଙ୍କର ଆତ୍ମଜୀବନୀ ଅଟେ । ପୁସ୍ତକଟି ୧୯୬୩ମସିହାରେ ଗ୍ରନ୍ଥମନ୍ଦିରଦ୍ୱାରା ପ୍ରକାଶିତ ହୋଇଥିଲା । ଏହି ବହି ପାଇଁ ୧୯୬୧ରେ ତାଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମି ପୁରସ୍କାର ଦିଆଯାଇଥିଲା ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ରାଉରକେଲା ଲ କଲେଜ ଏକ ବେସରକାରୀ ଉଦ୍ୟମରେ ଖୋଲା ଯାଇଥିବା ଆଇନ ଶିକ୍ଷାନୁଷ୍ଠାନ । ଭାରତୀୟ ରାଜ୍ୟ ଓଡ଼ିଶାର ଶିଳ୍ପ ନଗରି ରାଉରକେଲା ସହରର ନୟାବଜାରଠାରେ ଏହା ଅବସ୍ଥିତ । ଏହି ଅନୁଷ୍ଠାନ ସମ୍ବଲପୁର ବିଶ୍ୱବିଦ୍ୟାଳୟ ଓ ବାର କାଉନ୍ସିଲ ଓଫ ଇଣ୍ଡିଆଦ୍ୱାରା ସ୍ୱୀକୃତ ଓ ସହବନ୍ଧିତ । ଏଠାରେ ଆଇନରେ LL॰B ଡିଗ୍ରୀ ଶିକ୍ଷା ପ୍ରଦାନ କରାଯାଇଥାଏ। ଏହୁ ଡିଗ୍ରୀ ଗ୍ରାଜୁଆସନ ପରେ 3 ବର୍ଷ ପାଇଁ ଥାଏ।l
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣାଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URIଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URLଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ନରେନ୍ଦ୍ର ଦାମୋଦରଦାସ ମୋଦୀ (ଜନ୍ମ: ୧୭ ସେପ୍ଟେମ୍ବର ୧୯୫୦) ଭାରତର ୧୫ମ ପ୍ରଧାନମନ୍ତ୍ରୀ । ସେ ଭାରତୀୟ ଜନତା ପାର୍ଟିର ଜଣେ ପ୍ରମୁଖ ସଦସ୍ୟ। ସେ ୨୦୧୪ ଲୋକ ସଭା ନିର୍ବାଚନରେ ଭାରତର ପ୍ରମୁଖ ବିପକ୍ଷ ଦଳ ଭାରତୀୟ ଜନତା ପାର୍ଟି ତରଫରୁ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ଗଠବନ୍ଧନର ପ୍ରଧାନମନ୍ତ୍ରୀ ପ୍ରାର୍ଥୀଭାବେ ନିର୍ବାଚନ ଲଢିଥିଲେ ଏବଂ ଉତ୍ତର ପ୍ରଦେଶ ଓ ଗୁଜରାଟରୁ ଯଥାକ୍ରମେ ବାରଣାସୀ ଓ ଭଦୋଦରାରୁ ବିଜୟୀ ହୋଇଥିଲେ । ୧୯୯୮ ମସିହାରେ ଭାରତୀୟ ଜନତା ପାର୍ଟିର ନେତା ଲାଲ କୃଷ୍ଣ ଆଡ଼ଭାନୀଙ୍କଦ୍ୱାରା ଗୁଜରାଟ ଏବଂ ହିମାଚଳ ପ୍ରଦେଶର ନିର୍ବାଚନ ପ୍ରଚାର ପାଇଁ ପସନ୍ଦ କରାଯାଇଥିଲା । ୨୦୦୧ ମସିହାରେ ଗୁଜରାଟର ପୂର୍ବତନ ମୂଖ୍ୟମନ୍ତ୍ରୀ କେଶୁଭାଇ ପଟେଲ ଇସ୍ତଫା ଦେବାପରେ ସେ ମୂଖ୍ୟମନ୍ତ୍ରୀ ଭାବେ ୨୦୦୧ ଅକ୍ଟୋବର ୭ ତାରିଖରେ ଶପଥ ଗ୍ରହଣ କରିଥିଲେ । ପୁନର୍ବାର ୨୦୦୭ ଗୁଜରାଟ ବିଧାନ ସଭା ନିର୍ବାଚନରେ ବିପୁଳ ସମର୍ଥନରେ ବିଜୟୀ ହୋଇ ସେ ତୃତୀୟ ଥର ପାଇଁ ମୂଖ୍ୟମନ୍ତ୍ରୀ ହୋଇଥିଲେ । ସେ ଉଭୟ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ଜଣେ ବିବାଦୀୟ ବ୍ୟକ୍ତି। ଷାଠିଏ ଦଶକର ମଧ୍ୟ ଭାଗରେ ଭାରତ ପାକିସ୍ତାନ ଯୁଦ୍ଧ ସମୟରେ କିଶୋର ଅବସ୍ଥାରେ ଥାଇ ସୁଦ୍ଧା ସେ ସ୍ୱେଚ୍ଛାକୃତ ଭାବରେ ରେଳ ଷ୍ଟେସନରେ ରହିଥିବା ସୈନିକ ମାନଙ୍କୁ ସେବା ଯୋଗାଇ ଦେଇଥିଲେ। ୧୯୬୭ରେ ସେ ଗୁଜରାଟରେ ବନ୍ୟା ପ୍ରଭାବିତ ଅଞ୍ଚଳର ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିଥିଲେ। ତାଙ୍କ ମଧ୍ୟରେ ସାଂଗଠନିକ ଦକ୍ଷତା ଭରି ରହିଥିଲା ଏବଂ ସେ ଲୋକମାନଙ୍କର ଭାବାବେଗକୁ ଭଲ ଭାବରେ ବୁଝିପାରୁଥିଲେ। ସେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି)ରେ ଯୋଗ ଦେଇ ସେବା କାର୍ଯ୍ୟ ଆରମ୍ଭ କରିଥିଲେ ଏବଂ ଗୁଜରାଟର ବିଭିନ୍ନ ସାମାଜିକ-ରାଜନୈତିକ ଘଟଣାଗୁଡ଼ିକରେ ଏକ ଗୁରୁତ୍ୱପୂର୍ଣ ଭୂମିକା ନିର୍ବାହ କରିଥିଲେ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ଓଡ଼ିଶାରେ ରାଜକୀୟ ନବବର୍ଷ ଆରମ୍ଭ ହୁଏ ଭାଦ୍ରବ ମାସ ଶୁକ୍ଳ ଦ୍ୱାଦଶୀ ତିଥିରେ ସୁନିଆଁଠାରୁ। ଓଡ଼ିଆ ପାଞ୍ଜିର ଆରମ୍ଭ ହୁଏ ବିଷୁବ ସଂକ୍ରାନ୍ତି ବା ପଣା ସଂକ୍ରାନ୍ତିରୁ ଏବଂ ଏହି ଦିନଟି ସାଧାରଣରେ ଓଡ଼ିଆ ନବବର୍ଷ ଭାବେ ଗୃହୀତ ହୋଇଛି। ମାତ୍ର ସୁନିଆଁ ହେଉଛି ଓଡ଼ିଆ ରାଜାଙ୍କର ରାଜତ୍ୱର ଅଙ୍କ ଗଣନା ବର୍ଷର ପ୍ରଥମ ଦିନ । ପୁଣି ରାଜାଙ୍କର ରାଜସ୍ୱ ଆଦାୟ ଓ ନୂଆ ଖାତା ଆରମ୍ଭ ହୁଏ ଏହି ସୁନିଆଁ ଦିନ। ସୁନିଆଁ ଦିନ ଗୋଟିଏ ସୁନା ମୋହର ଉପରେ ରାଜାଙ୍କ ରାଜତ୍ୱର ଅଙ୍କ ବା ବର୍ଷ ଚିହ୍ନିତ କରାଯାଏ। ଏହାକୁ ସାଧାରଣ ଭାଷାରେ କହନ୍ତି ଅଙ୍କକଟା। ଏହିଦିନଟି ରାଜକୀୟ ବର୍ଷ ଆରମ୍ଭର ପ୍ରଥମ ଦିନ ଏବଂ ସୁନା ଶବ୍ଦ ସହ ଜଡ଼ିତ ହୋଇଥିବାରୁ ସମ୍ଭବତଃ ସୁନିଆଁ ଭାବେ ପାଳିତ ହେଉଛି । ପୁଣି ଏହି ଦିନ ସର୍ବତ୍ର ବାମନ ଜନ୍ମ ପାଳିତ ହୋଇଥାଏ। ବିଷ୍ଣୁଙ୍କ ଦଶ ଅବତାର ମଧ୍ୟରୁ ବାମନ ହେଉଛନ୍ତି ଏଭଳି ରାଜନୀତି ପ୍ରବଣ ଯେ ନିଜ ବୁଦ୍ଧି ବିଚକ୍ଷଣତାଦ୍ୱାରା ସ୍ୱର୍ଗ, ମର୍ତ୍ତ୍ୟ, ପାତାଳ ତିନି ଭୁବନକୁ ନିଜ ପାଦତଳେ ରଖିବା ସହ ବଳୀ ପରି ଶାସକଙ୍କୁ ମଧ୍ୟ ପାତାଳକୁ ଚାପି ଦେଇଥିଲେ। ତେଣୁ ଫସଲ ଅମଳ ପରେ ରାଜକୋଷକୁ ସମୃଦ୍ଧ କରି ରାଜାମାନେ ତ୍ରିବିକ୍ରମ ବାମନଙ୍କ ପରାକ୍ରମକୁ ପାଥେୟ କରି ବାହାରୁଥିଲେ ଦେଶଜୟ କରିବାକୁ । ସୁନିଆଁଠାରୁ ସନ ଓ ସାଲ ଗଣନା ଆରମ୍ଭ ହୁଏ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ତପସ୍ୱିନୀ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କଦ୍ୱାରା ରଚିତ ଏକ କାବ୍ୟ ସଙ୍କଳନ । ଏହାର ରଚନା ୧୯୧୩ ମସିହାରେ ସମାପ୍ତ ହୋଇଥିଲା ଏବଂ ୧୯୧୪ ମସିହାରେ ପ୍ରକାଶିତ ହୋଇଥିଲା । ଏଗାରଟି ସର୍ଗରେ ସମୃଦ୍ଧ ଏହି କାବ୍ୟଗ୍ରନ୍ଥଟିରେ ରାମ ଓ ସୀତାଙ୍କର ଜୀବନ ଓ ଆଦର୍ଶ ବର୍ଣ୍ଣନା କରାଯାଇଛି । 'କରୁଣ ରସ'ରେ ଏହି କାବ୍ୟଟି ରଚିତ । ପ୍ରଣବ ରଞ୍ଜନ ଭୂୟାଁ, ପୁସ୍ତକଟିକୁ ଇଂରାଜୀରେ ଅନୁବାଦ କରିଛନ୍ତି ।ପୁସ୍ତକଟି, ଶ୍ରୀମାନ ରାମନାରାୟଣ ମିଶ୍ରଙ୍କୁ ଉତ୍ସର୍ଗୀକୃତ କରିଯାଇଛି ।
ଭାରତର ରାଷ୍ଟ୍ରପତି ମାନଙ୍କର ତାଲିକା
ଏହି ସାରଣୀରେ ପ୍ରଦତ୍ତ ପୂର୍ବତନ ରାଷ୍ଟ୍ରପତିମାନଙ୍କର ନାମ ସେହି କ୍ରମରେ ଦିଆ ଯାଇଛି ଯେଉଁ କ୍ରମରେ ସେମାନେ ରାଷ୍ଟ୍ରପତି ନିର୍ବାଚନ ଜିତିଥିଲେ। ତେଣୁ ବରାହଗିରି ଭେଙ୍କଟଗିରି, ମହମ୍ମଦ ହିଦାୟତୁଲ୍ଲା, ଏବଂ ବସପ୍ପା ଦନାପ୍ପା ଜତ୍ତୀ, କାମଚଳା ରାଷ୍ଟ୍ରପତି ଥିବାରୁ ସେମାନଙ୍କ ନାମ ଏହି ସାରଣୀରେ ଦିଆ ଯାଇ ନାହିଁ । ଭାରତର ରାଷ୍ଟ୍ରପତି କୌଣସି ରାଜନୈତିକ ଦଳର ନ ହେଲେ ବି ରାଷ୍ଟ୍ରପତି ରୂପେ ନିର୍ବାଚିତ ହେବା ଆଗରୁ ସେମାନେ ଯେଉଁ ଦଳର ନେତା ଥିଲେ, ତାଙ୍କ ନାମ ଆଗରେ ସେଇ ଦଳର ନାମ ଉଲ୍ଲେଖ କରାଯାଇଛି।
ଆତ୍ମହତ୍ୟାର ଏହାର ଅର୍ଥ ସ୍ୱଇଛାରେ ନିଜକୁ ହତ୍ୟା କରିବା ଓ ଏହାକୁ ସୁଇସାଇଡ (ଇଂରାଜୀ ଭାଷାରେ suicide) ମଧ୍ୟ କୁହାଯାଏ ।. ଏହାର ସଙ୍କଟ ଜନକ ଅବସ୍ଥାମାନଙ୍କ ନାମ ମାନସିକ ବେମାରୀ ଅବସାଦ, ସିଜୋଫ୍ରେନିଆ, ମଦ୍ୟାତ୍ୟୟ, ନିଶା ଦ୍ରବ୍ୟ ସେବନ, ବାଇପୋଲାର ଡିଜଅଡର ଇତ୍ୟାଦି । ଅନ୍ୟ କାରକମାନଙ୍କ ନାମ ଚାପ ଜନିତ ଆବେଗ ଯାହା ଅର୍ଥନୈତିକ ସମସ୍ୟା, ସମ୍ପର୍କ ସମସ୍ୟା ବା ଭୟ । ପୂର୍ବରୁ ଆତ୍ମହତ୍ୟା ଚେଷ୍ଟା ଥିଲେ ଭବିଷ୍ୟତ ସଙ୍କଟ ଅଧିକ ରହେ । ବର୍ଡର ଲାଇନ ପର୍ସନାଲିଟି ଡିଜ୍ଅର୍ଡର ଓ ମ୍ୟାନିକ୍ ଡିପ୍ରେସନ ଯୋଗୁ ହତାଶା ହୁଏ ଓ ଏହାଦ୍ୱାରା ଆତ୍ମହତ୍ୟା ହୁଏ । ଆତ୍ମହତ୍ୟା ପ୍ରତିରୋଧ ନିମନ୍ତେ ଆଗ୍ନେୟାସ୍ତ୍ର ଓ ବିଷ ଅପହଞ୍ଚ, ମାନସିକ ବେମାରୀର ଚିକିତ୍ସା, ଡ୍ରଗ ଅପବ୍ୟବହାର, ଅର୍ଥନୀତିରେ ସୁଧାର ଓ ମିଡିଆ ରିପୋର୍ଟ ଅତି ଆବଶ୍ୟକ । ସାଧାରଣତଃ କ୍ରାଇସିସ୍ ହଟ୍ ଲାଇନ (ଫୋନ୍ ଯୋଗେ ପରାମର୍ଶ) ବ୍ୟବହାର କରାଯାଉଥିଲେ ମଧ୍ୟ ଏହାର କାର୍ଯ୍ୟକାରୀତା ବିଷୟରେ ପ୍ରମାଣ ବିଶେଷ ନାହିଁ ।ବିଭିନ୍ନ ଦେଶରେ ଭିନ୍ନ ଭିନ୍ନ ପ୍ରକାର ଆତ୍ମହତ୍ୟା ଦେଖାଯାଏ । ସାଧାରଣତଃ ବେକ ଝୁଲେଇବା (Hanging), ପୋକମରା ଔଷଧ ସେବନ ଓ ଆଗ୍ନେୟାସ୍ତ୍ରଦ୍ୱାରା ଏହା ସମ୍ଭବ ହୁଏ । ପ୍ରତିବର୍ଷ ପ୍ରାୟ ୮୦୦,୦୦୦ରୁ ଏକ ନିୟୁତ ଲୋକ ଏହି ଭାବରେ ମରନ୍ତି ଓ ଏହା ପୃଥିବୀରେ ମୃତ୍ୟୁର ଦଶମ କାରଣ ରୁପେ ପରିଚିତ । ପୁରୁଷ ଆତ୍ମହତ୍ୟା ସଂଖ୍ୟା ମହିଳାଙ୍କ ଅପେକ୍ଷା ୩ରୁ ୪ ଗୁଣ ଅଧିକ । ସନ ୧୯୯୦ରେ ୭୧୨,୦୦୦ ଆତ୍ମହତ୍ୟା ମୃତ୍ୟୁ ହୋଇଥବା ବେଳେ ୨୦୧୩ରେ ୮୪୨,୦୦୦ ମୃତ୍ୟୁ ହୋଇଥିଲା । ୧୦ରୁ ୨୦ ନିୟୁତ ଆତ୍ମଘାତୀ ଚେଷ୍ଟା ପ୍ରତି ବର୍ଷ ହୁଏ ଯାହା ଫଳପ୍ରଦ ହୋଇପାରି ନ ଥାଏ । ଯୁବକମାନେ ମହିଳାମାନଙ୍କ ଅପେକ୍ଷା ୩ରୁ ୪ ଗୁଣ ଅଧିକ ଆତ୍ମହତ୍ୟା ଚେଷ୍ଟା କରନ୍ତି । ଅଣ-ମାରାତ୍ମକ ଆତ୍ମହତ୍ୟା ପ୍ରଚେଷ୍ଟଦ୍ୱାରା ଆଘାତ ଓ ଦୀର୍ଘସ୍ଥାୟୀ ଅକ୍ଷମତା ଦେଖାଯାଏ । ୧୫-୨୯ ବର୍ଷ ବୟସ୍କଙ୍କ ମଧ୍ୟରେ ଆତ୍ମହତ୍ୟା ହିଁ ମୃତ୍ୟୁର ଦ୍ୱିତୀୟ ବଡ଼ କାରଣ ବୋଲି ମଙ୍ଗଳବାର, ୧୧ ସେପ୍ଟେମ୍ବର ୨୦୧୮ ମିଳିତ ଜାତିସଂଘ ନିଜର ଏକ ରିପୋର୍ଟରେ ଉଲ୍ଲେଖ କରିଥିଲା। ଲାନ୍ସେଟ୍ ପବ୍ଲିକ୍ ହେଲ୍ଥ ଜର୍ନାଲ୍ରେ ‘ଦି ଗ୍ଲୋବାଲ୍ ବର୍ଡନ୍ ଅଫ୍ ଡିଜିଜ୍ ଷ୍ଟଡିଜ୍ ୧୯୯୦-୨୦୧୬’ ଶୀଷର୍କରେ ପ୍ରକାଶିତ ଏକ ରିପୋର୍ଟରେ ଦର୍ଶାଯାଇଛି ଯେ, ବିଶ୍ୱବ୍ୟାପୀ ଘଟୁଥିବା ଆତ୍ମହତ୍ୟାର ୩୭% ପୁରୁଷ କେବଳ ଭାରତୀୟ ଏବଂ ୨୪% ମହିଳା ଚରମ ପଦକ୍ଷେପ ନେଇଥାନ୍ତି । ୧୫-୩୯ ବର୍ଷ ବୟସ୍କଙ୍କ ଆତ୍ମହତ୍ୟାରେ ଭାରତ ବିଶ୍ୱସ୍ତରରେ ତୃତୀୟ । ୧୯୯୦ରୁ ୨୦୧୬ ମଧ୍ୟରେ ଦେଶରେ ଆତ୍ମହତ୍ୟା ଜନିତ ମୃତ୍ୟୁସଂଖ୍ୟା ୪୦% ବଢ଼ିଛି । କେବଳ ୨୦୧୬ରେ ଭାରତରେ ୨,୩୦,୩୧୪ ଲୋକ ଆତ୍ମହତ୍ୟା କରିଛନ୍ତି । କର୍ନାଟକ, ତାମିଲନାଡୁ, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ପଶ୍ଚିମବଙ୍ଗ ଏବଂ ତ୍ରିପୁରାରେ ଉଭୟ ପୁରୁଷ ଏବଂ ମହିଳାଙ୍କ କ୍ଷେତ୍ରରେ ଆତ୍ମହତ୍ୟା ହାର ସବୁଠାରୁ ଅଧିକ । କେରଳ, ଛତିଶଗଡ଼ରେ ଅଧିକ ପୁରୁଷ ଆମହତ୍ୟା କରିଥାନ୍ତି । ଭାରତରେ ପ୍ରତି ୧ଲକ୍ଷରେ ୧୫% ମହିଳା ଆତ୍ମହତ୍ୟା କରିଥାନ୍ତି।କେତେକ ଚିନ୍ତାଧାରା ଆତ୍ମହତ୍ୟା ପ୍ରରୋଚନା କରେ ଯଥା: ସମ୍ମାନ (Honour), ଧର୍ମ ଓ ଜୀବନର ମୂଲ୍ୟବୋଧ । ଆବ୍ରାହମ ଧର୍ମ ଅନୁଯାୟୀ ଜୀବନ ପବିତ୍ର, ତେଣୁ ଏହାକୁ ତ୍ୟାଗ କରିବା ପ୍ରଭୁଙ୍କ ପ୍ରତି ଅପରାଧ କରିବା ସଙ୍ଗେ ସମାନ । ଜାପାନର ସମୁରାଇ ଯୁଗରେ ଏହା (ସେପୁକୁ ବା ଆତ୍ମହତ୍ୟା) ଭୁଲର ପ୍ରାୟଶ୍ଚିତ କିମ୍ବା ପ୍ରତିବାଦ ରୁପେ ଗଣା ହେଉଥିଲା ।. ଆଇନ ବହିର୍ଭୂତ ସତୀ ଦାହ ପ୍ରଥାରେ ବିଧବାମାନେ ସ୍ୱଇଛାରେ ବା ପରିବାରର ପ୍ରରୋଚନାରେ ନିଜକୁ ଚିତାରେ ବିସର୍ଜନ କରୁଥିଲେ ।ପଶ୍ଚିମ ଦେଶମାନଙ୍କରେ ଆଗେ ଆତ୍ମହତ୍ୟା ଚେଷ୍ଟା ଦଣ୍ଡନୀୟ ଅପରାଧ ଥିଲା କିନ୍ତୁ ଏବେ ଅଧିକାଂଶ ଦେଶରେ ତାହା ନାହିଁ ।.
'ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ବା କୃଷ୍ଣ ଜନ୍ମାଷ୍ଟମୀ,kṛṣṇa janmāṣṭami), କୃଷ୍ଣାଷ୍ଟମୀ, ସାତମ୍ ଆଠମ୍, ଗୋକୁଳାଷ୍ଟମୀ, ଅଷ୍ଟମୀ ରୋହିଣୀ, ଶ୍ରୀକୃଷ୍ଣ ଜୟନ୍ତୀ, ଶ୍ରୀ ଜୟନ୍ତୀ ବା କେବଳ ଜନ୍ମାଷ୍ଟମୀ ନାମରେ ମଧ୍ୟ ଜଣାଶୁଣା । ବିଷ୍ଣୁଙ୍କର ଅବତାରୀ ପୁରୁଷ ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମଦିନକୁ ହିନ୍ଦୁମାନେ ଜନ୍ମାଷ୍ଟମୀ ରୂପେ ପାଳନ କରିଥାନ୍ତି । ଏହା ହିନ୍ଦୁ ପଞ୍ଜିକା ଅନୁସାରେ ଭାଦ୍ରବ ମାସ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ପାଳନ କରାଯାଏ । ଏଇ ଦିନ ଲଗ୍ନରେ ରୋହିଣୀ ନକ୍ଷତ୍ର ରହିଥାନ୍ତି । ଏହା ଗ୍ରେଗୋରିଆନ (ଇଂରାଜୀ) କ୍ୟାଲେଣ୍ଡରରେ ସର୍ବଦା ଅଗଷ୍ଟ ୧୫ରୁ ସେପ୍ଟେମ୍ବର ୧୫ ଭିତରେ ହିଁ ଆସିଥାଏ । ଉତ୍ତର ଭାରତ ଓ ଦକ୍ଷିଣ ଭାରତରେ ଗଣନା ପଦ୍ଧତିର ବୈଷମ୍ୟ ଯୋଗୁଁ ଏହାର ପାଳନ ଗୋଟିଏ ଦିନ ଆଗପଛ ହୋଇଥାଏ । ଯେପରିକି ୨୦୧୧ ମସିହାରେ ଉତ୍ତର ଭାରତରେ ଏହା ୨୨ ଅଗଷ୍ଟରେ ପାଳନ କରାଯାଇଥିଲେ ମଧ୍ୟ ଦକ୍ଷିଣ ଭାରତରେ (କେରଳାଦି ରାଜ୍ୟରେ) ୨୧ ଅଗଷ୍ଟରେ ପାଳିତ ହୋଇଥିଲା । ଭାଦ୍ର କୃଷ୍ଣାଷ୍ଟମୀ ଅର୍ଦ୍ଧରାତ୍ର ସମୟରେ ଜନ୍ମାଷ୍ଟମୀ ହିନ୍ଦୁ ଜଗତରେ ପାଳିତ ହୋଇଥାଏ । କିନ୍ତୁ ବିଷ୍ଣୁ ପୁରାଣରେ କୃଷ୍ଣଙ୍କର ଜନ୍ମ ଶ୍ରାବଣମାସ କୃଷ୍ଣ ଅଷ୍ଟମୀରେ ହୋଇଥିବାର ଉଲ୍ଲେଖ ରହିଛି । ମୁଖ୍ୟଚାନ୍ଦ୍ରମାସ ଓ ଗୌଣ ଚାନ୍ଦ୍ରମାସ ଗଣନା ଏ ପ୍ରଭେଦର କାରଣ ବୋଲି ଅନୁମେୟ । ଶ୍ରୀକୃଷ୍ଣ ମାନବ ସମାଜକୁ କର୍ମଯୋଗର ଶିକ୍ଷା ଦେଇଛନ୍ତି । ଶ୍ରୀମଦ୍ଭଗବଦଗୀତାରେ କର୍ମ ଅନୁସାରେ ଫଳ ମିଳିବ ବୋଲି ସେ ଉଲ୍ଲେଖ କରିଛନ୍ତି। ତେଣୁ ଜନ୍ମାଷ୍ଟମୀର ପାଳନ ଅବସରରେ ଜଣେ ପ୍ରକୃତ କର୍ମଯୋଗୀ ହେବାପାଇଁ ଶପଥ ନିଆଯାଏ। ଫଳର ଆଶା ନ ରଖି ବିଶ୍ୱର ସେବା କରିବା ହେଉଛି ପ୍ରକୃତ କର୍ମଯୋଗ । ଗୀତାରେ ଶ୍ରୀକୃଷ୍ଣଙ୍କ ପ୍ରଦର୍ଶିତ ପଥ ଅନୁସରଣ କରି ଯେ କେହି ସ୍ଥିତପ୍ରଜ୍ଞ ହୋଇପାରେ । ମହାପୁରୁଷମାନେ ଦେଖାଇଦେଇଥିବା ପଥରେ ଯାଇ ଇତରଲୋକେ ସୁଖ, ଶାନ୍ତି ଓ ସମୃଦ୍ଧିକୁ ସହଜରେ ହାସଲ କରିପାରିବେ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଚନ୍ଦ୍ରପକ୍ଷର ଏକାଦଶ ଦିବସ - ଚନ୍ଦ୍ରର ଏକାଦଶ କଳାର ହ୍ରାସ ବା ବୃଦ୍ଧିଜନିତ ତିଥି । କୃଷ୍ଣପକ୍ଷର ଏକାଦଶୀକୁ କୃଷ୍ଣା ଏକାଦଶୀ ଓ ଶୁକ୍ଳପକ୍ଷର ଏକାଦଶୀକୁ ଶୁକ୍ଳା ଏକାଦଶୀ କୁହାଯାଇଥାଏ । ଏକାଦଶୀ ତିଥିରେ କେତେକ ବିଶେଷ ନକ୍ଷତ୍ରର ସଂଯୋଗ ଘଟିଲେ ତାହାକୁ ଜୟା-ବିଜୟା-ଜୟନ୍ତୀ ଓ ପାପନାଶିନୀ କହାଯାଏ । ତେବେ ୨୪ ଏକାଦଶୀର ନାମ ରହିଛି । ସେଗୁଡିକ ହେଲା ଉତ୍ପନ୍ନା, ମୋକ୍ଷଦା, ସଫଳା, ପୁତ୍ରଦା, ଷଟ୍ତିଳା, ଜୟା (ଭୌମୀ), ବିଜୟା, ଆମଳକୀ(ଅଅଁଳା) , ପାପମୋଚନୀ, କାମଦା, ବରୁଥିନୀ, ମୋହିନୀ, ଅପରା, ନିର୍ଜଳା ଅଥବା ଭୀମସେନୀ, ଯୋଗିନୀ, ହରିଶୟନୀ (ପଦ୍ମା), କାମିକା (କାମଦା), ପୁତ୍ରଦା, ଅଜା, ପଦ୍ମା (ପୁତ୍ରଦା), ଇନ୍ଦିରା, ପାପଙ୍କୁଶା, ରମ୍ଭା ଓ ପ୍ରବୋଧିନୀ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।