ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ପୌଷ ପୂର୍ଣ୍ଣିମା କୃଷି ସମ୍ବନ୍ଧିତ ଏକ ସାମାଜିକ ପର୍ବ, ବ୍ରତ ବା ଓଷାପୂଜାର ଉପାଖ୍ୟାନ ଏହା ସହ ଜଡ଼ିତ ନଥାଏ । ପ୍ରଥମ ପାଚିଲା ଧାନକୁ ନେଇ ଓଡ଼ିଶାରେ ନୂଆଁଖାଇ ପାଳିତ ହେଲା ପରି ଫସଲ ଅମଳ ହେବା ପରେ ପୌଷ ମାସର ପୂର୍ଣ୍ଣିମାକୁ ପୁଷ୍ପୁନି ବା ଛେର୍ଛେରା ଭାବେ ଓଡ଼ିଶାର ପଶ୍ଚିମାଞ୍ଚଳରେ ଏକ ଗଣପର୍ବ ରୂପେ ପାଳନ କରାଯାଏ । ପୂର୍ଣ୍ଣମୀ ରାତିସାରା ପଶ୍ଚିମ ଓଡ଼ିଶାର ଗାଁମାନଙ୍କରେ ନୃତ୍ୟ-ଗୀତର ଆସର ଜମିଥାଏ । ଏପ୍ରକାର ଆନନ୍ଦ ଉଲ୍ଲାସରେ ଆବାଳ ବୃଦ୍ଧବନିତା ଅଂଶୀଦାର ଥାଆନ୍ତି ।
ଚନ୍ଦ୍ରଗୁପ୍ତ ଓ ବିନ୍ଦୁସାରଙ୍କ ରାଜତ୍ୱ କାଳରେ କଳିଙ୍ଗ ଏକ ଶକ୍ତିଶାଳୀ ଓ ସ୍ୱାଧୀନ ରାଷ୍ଟ୍ର ଥିଲା । କିନ୍ତୁ ଅଶୋକ ରାଜ୍ୟାଭିଷେକର ଅଷ୍ଟମବର୍ଷରେ ଅର୍ଥାତ ଖ୍ରୀ.ପୂ:୨୬୧ରେ କଳିଙ୍ଗ ଆକ୍ରମଣ କରି ଜୟଲାଭ କରିଥିଲେ । ତାଙ୍କର ତ୍ରୟୋଦଶ ଶିଳାନୁଶାସନରେ କଳିଙ୍ଗ ଯୁଦ୍ଧର ରୋମାଞ୍ଚକର ବିଭୀଷିକା ବର୍ଣ୍ଣିତ ହୋଇଛି । ଏହି ଯୁଦ୍ଧରେ ଏକଲକ୍ଷ ଲୋକ ନୀହତ ହୋଇଥିଲେ । ଦେଢ଼ଲକ୍ଷ ଲୋକ ବନ୍ଦୀହୋଇ ଦେଶାନ୍ତରକୁ ପ୍ରେରିତ ହୋଇଥିଲେ ଏବଂ ପ୍ରାୟ ସେହି ସଂଖ୍ୟକ ବ୍ୟକ୍ତି ଯୁଦ୍ଧ ପର ଅବସ୍ଥାରେ ଆହାତ , ରୋଗାକ୍ରାନ୍ତ କିମ୍ବା ବୁଭୁକ୍ଷୁ ହୋଇ ମୃତ୍ୟୁମୂଖରେ ପଡ଼ିଥିଲେ । କଳିଙ୍ଗ ଯୁଦ୍ଧ ବୌଦ୍ଧ ଧର୍ମ ତଥା ପୃଥିବୀର ଇତିହାସରେ ଏକ ଯୁଗାନ୍ତକାରୀ ଘଟଣା । ଏହି ଯୁଦ୍ଧର ଦାରୁଣ ପରିଣତି ଅଶୋକଙ୍କ ମନରେ ଗଭୀର ଦୁଃଖ ଓ ଅନୁତାପ ଜାତ କରିଥିଲା । ହିଂସା ପ୍ରଣୋଦିତ ତରବାରିର ଜୟ ଜୟ ନୁହେଁ, ମାନବ-ହୃଦୟକୁ ଜୟ କରିବା ହିଁ ପ୍ରକୃତ ଜୟ ବୋଲି ଅନୁଭବ କରି ଅଶୋକ ଅସ୍ତ୍ର ପରିତ୍ୟାଗ କଲେ । ଉପଗୁପ୍ତ ନାମକ ଜଣେ ବୌଦ୍ଧ ସନ୍ନ୍ୟାସୀଙ୍କ ସଂସ୍ପର୍ଶରେ ଆସି ଅଶୋକ ବୌଦ୍ଧ ଧର୍ମ ଗ୍ରହଣ କରିଥିଲେ । ଏହା ପରେ ସତ୍ୟ ଓ ଅହିଂସା ବଳରେ ସେ ମାନବ ହୃଦୟକୁ ଜୟ କରିବା ପାଇଁ ଆତ୍ମ ନିୟୋଗ କଲେ । ସେ ନିଜ ବିଜୟ ପରେ ସୁନ୍ଦର ଭାବେ ଗଢି ତୋଳିଲେ ଓ ନିଜ ସାମ୍ରାଜ୍ୟରେ ମିଶେଇ ଥିଲେ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ମକର ସଂକ୍ରାନ୍ତି ଏକ ସର୍ବ ଭାରତୀୟ ପର୍ବ । ଏହି ପର୍ବକୁ ସମସ୍ତେ ଉତ୍ସାହର ସହିତ ପାଳନ କରନ୍ତି । ଭାରତ ବାହାରେ ରୋମାନ ଓ ଇହୁଦୀମାନେ ମଧ୍ୟ ଏହିପର୍ବ ପାଳନ କରନ୍ତି । ଭାରତର ବିଭିନ୍ନ ଅଞ୍ଚଳ ଅପେକ୍ଷା ଦକ୍ଷିଣ ଭାରତରେ ଏହା ସବୁଠାରୁ ବଡ଼ ପର୍ବ । ଦକ୍ଷିଣରେ ଏହାକୁ ପୋଙ୍ଗଲ ବୋଲି କହନ୍ତି । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ମକର ରାଶିରେ ପ୍ରବେଶ କରିଥାନ୍ତି । ସୌର ଗଣନା ଅନୁସାରେ ମକର ସଂକ୍ରାନ୍ତିକୁ ମକର ମାସର ପ୍ରଥମ ଦିନ ହିସାବରେ ଗ୍ରହଣ କରାଯାଏ । ସଂକ୍ରାନ୍ତି ହେଉଛି ସୂର୍ଯ୍ୟଙ୍କର ସଂକ୍ରମଣ ବା ଗୋଟିଏ ରାଶିରୁ ଅନ୍ୟ ରାଶିକୁ ଚଳନ କରିବାର ଦିନ । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ଧନୁ ରାଶିରୁ ମକର ରାଶିକୁ କ୍ରମଶଃ ଗମନ କରନ୍ତି । ଏହି ଦିନଠାରୁ ସୂର୍ଯଙ୍କର ଉତ୍ତରାୟଣ ଗତି ଆରମ୍ଭ ହୋଇଥାଏ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ଜଗନ୍ନାଥ ଦାସ (1487-1547) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଗୋଟିଏ ସ୍ୱାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ୱାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ୱ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଫିନାଇଲେଫ୍ରିନ (ଇଂରାଜୀ ଭାଷାରେ Phenylephrine) ଏକ ଔଷଧ ଯାହା ରକ୍ତ ଚାପ ବୃଦ୍ଧି କରିବାକୁ, ମିଡ୍ରିଆସିସ (dilate the pupil), ଡିକଞ୍ଜେସ୍ଟାଣ୍ଟ (decongestant) ନିମନ୍ତେ ଓ ଅର୍ଶ କମ୍ କରିବାକୁ ଦିଆଯାଏ । ଡିକଞ୍ଜେସ୍ଟାଣ୍ଟ ଭାବରେ ମାର୍କେଟରେ ମିଳିଲେ ମଧ୍ୟ ପାଟିରେ ଦିଆଗଲେ, ଆଲର୍ଜିକ ନାକ ପ୍ରଦାହ ରୋଗ ନିମନ୍ତେ ଏହାର ଉପକାର ସ୍ପଷ୍ଟ ହୋଇନାହିଁ । ଏହା ପାଟିରେ, ଶିରା ଓ ମାଂସପେଶୀରେ ଇଞ୍ଜେକସନ ଆକାରରେ ଦିଆଯାଏ ବା ଚର୍ମରେ ଲଗାଯାଏ ।ଫିନାଇଲେଫ୍ରିନ ପାଟିରେ ନେବାପରେ ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟାରେ ଅଇ, ମୁଣ୍ଡବିନ୍ଧା ଓ ଉଦ୍ବେଗ ପ୍ରକାଶ ପାଇପାରେ । ଅର୍ଶ ଚିକିତ୍ସାରେ ଏହା ସହ୍ୟ କରିହୁଏ । ପାର୍ଶ୍ୱ ପ୍ରତିକ୍ରିୟା ସାଂଘାତିକ ହେଲେ ଧୀର ହୃଦ୍ଗତି , ଅନ୍ତନଳୀ ସ୍ୱଳ୍ପ ରକ୍ତହୀନତା, ଆଞ୍ଜାଇନା, ବୃକ୍କ ଫେଲ (kidney failure) ଓ ଇଞ୍ଜେକସନ ନେବା ସ୍ଥାନରେ ତନ୍ତୁ ମୃତ୍ୟୁ (tissue death) ହୋଇପାରେ । ଗର୍ଭାବସ୍ଥା ଓ ସ୍ତନ୍ୟପାନ (breastfeeding) ସମୟରେ ଏହି ଔଷଧର ନିରାପତ୍ତା ବିଷୟ ସ୍ପଷ୍ଟ ହୋଇନାହିଁ । ଫିନାଇଲେଫ୍ରିନ ଏକ ସିଲେକ୍ଟିଭ ଆଡ୍ରେନର୍ଜିକ ରିସେପ୍ଟର ସକ୍ରିୟକାରୀ (selective α1-adrenergic receptor); ତେଣୁ ଧମନୀ (arteries) ଓ ଶିରା (veins) ସଙ୍କୁଚିତ ହୋଇଯାଏ ।ସନ ୧୯୨୭ରେ ଫିନାଇଲେଫ୍ରିନ ପେଟେଣ୍ଟ ହେବାପରେ ସନ ୧୯୩୮ରେ ଡାକ୍ତରୀ ବ୍ୟବହାର ନିମନ୍ତେ ସ୍ୱୀକୃତ ହୋଇଥିଲା । ଏହା ଜେନେରିକ ଔଷଧ ନାମରେ (generic medication) ବିକ୍ରୟ ହୁଏ । ସଂଯୁକ୍ତ ରାଷ୍ଟ୍ରରେ (United Kingdom) ଏନଏଚଏସକୁ (NHS) ଏହାର ଏକ ଭାଏଲ ପିଛା ପ୍ରାୟ ୪ ପାଉଣ୍ଡ ଖର୍ଚ୍ଚ କରିବାକୁ ପଡ଼ୁଥିଲା । ଏହାର ଅପବ୍ୟବହାର ଅତି ସାଧାରଣ ।
ଭାରତୀୟ ସଂସଦର ୨୦୧୯ ନାଗରିକତା (ସଂଶୋଧନୀ) ନିୟମ ୧୯୫୫ ନାଗରିକତା ନିୟମର ସଂଶୋଧନ କରି ପାକିସ୍ତାନ, ବଙ୍ଗଳାଦେଶ ଓ ଆଫଗାନିସ୍ତାନର ଧାର୍ମିକ ସଂଖ୍ୟାଲଘୁମାନଙ୍କୁ ଭାରତୀୟ ନାଗରିକତା ପ୍ରଦାନ ପାଇଁ ପଥ ପ୍ରସ୍ତୁତ କରିଥାଏ । ଏଥି ପାଇଁ ଯୋଗ୍ୟ ସଂଖ୍ୟାଲଘୁମାନେ ହେଲେ ହିନ୍ଦୁ ଶିଖ, ବୌଦ୍ଧ, ଜୈନ, ପାର୍ସୀ ଓ ଖ୍ରୀଷ୍ଟିଆନ । ମୁସଲିମମାନେ ଏଥି ପାଇଁ ଯୋଗ୍ୟ ନୁହଁନ୍ତି । ଏଥି ପାଇଁ ଯୋଗ୍ୟ ବିବେଚିତ ହେବା ନିମନ୍ତେ ପ୍ରାର୍ଥୀମାନେ ୨୦୧୪ ଡିସେମ୍ବର ୩୧ ଆଗରୁ ଭାରତରେ ପ୍ରବେଶ କରିଥିବା ଓ ନିଜ ମୂଳ ଦେଶରେ "ଧର୍ମଗତ ଅତ୍ୟାଚାର ସହିଥିବା ବା ଧର୍ମଗତ ଅତ୍ୟାଚାରର ଭୟ ଥିବା" ବିଧେୟ । ଏହି ନିୟମ ଉପୋରକ୍ତ ସଂଖ୍ୟାଲଘୁମାନଙ୍କ ପାଇଁ ନାଗରିକତାର ଆବଶ୍ୟକତାକୁ କୋହଳ କରି ୧୧ ବର୍ଷରୁ ୫ ବର୍ଷ କରିଥିଲା କ୍ଷମତାସୀନ ଭାରତୀୟ ଜନତା ପାର୍ଟି ତା'ର ୨୦୧୪ ନିର୍ବାଚନ ଇସ୍ତାହାରରେ ପ୍ରତିଶ୍ରୁତି ଦେଇଥିଲା ଯେ ତାହା ହିନ୍ଦୁ ଶରଣାର୍ଥୀମାନଙ୍କୁ ଏକ ପ୍ରାକୃତିକ ବାସଭୂମି ଯୋଗାଇବ । ସେହି ଦିନରୁ ଏହି ଭଳି ଶରଣାର୍ଥୀମାନଙ୍କ ବାବଦରେ ଖବର ପ୍ରକାଶ ପାଇଆସୁଥିଲା । ୨୦୧୫ରେ ସରକାର ଏଭଳି ଶରଣାର୍ଥୀମାନଙ୍କୁ ସେମାନଙ୍କ ଯାତାୟତ ନଥି ଓ ଦୀର୍ଘମିଆଦି ଭିସା ପ୍ରଦାନ ପାଇଁ ନିର୍ଦ୍ଦେଶ ଦେବା ଆରମ୍ଭ କରିଥିଲା । ଇଣ୍ଟେଲିଜେନ୍ସ ବ୍ୟୁରୋ ଅନୁସାରେ ପ୍ରାୟ ସମସ୍ତ ହିନ୍ଦୁ କିମ୍ବା ଶିଖ ଧର୍ମାବଲମ୍ବୀ ଥିବା ୩୦,୦୦୦ ଶରଣାର୍ଥୀ ଏହି ନିୟମ ସଂଶୋଧନୀଦ୍ୱାରା ଉପକୃତ ହୋଇଛନ୍ତି ବା ହେବେ ।ଭାରତର ଧର୍ମନିରପେକ୍ଷ ସମ୍ବିଧାନ ଓ ତା'ର ୧୪ତମ ଧାରାର ଉଲ୍ଲଂଘନ କରୁଥିବାରୁ ଏହି ସଂଶୋଧନୀ ନିୟମ ଭାରତ ଓ ବିଦେଶରେ ସମାଲୋଚିତ ହୋଇଛି ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ୱରୂପରାଣୀ ଥିଲା । ସେ ସ୍ୱାଧିନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଗୁରୁ ବସବ ବା ବସବେଶ୍ୱର ଏକ ଦାର୍ଶନିକ ତଥା ସମାଜ ସୁଧାରକ । ସେ ହିନ୍ଦୁ ଧର୍ମରେ ଥିବା ଜାତି ପ୍ରଥା ଭଳି କୁବ୍ୟବସ୍ଥା ବିରୁଦ୍ଧରେ ସ୍ୱର ଉତ୍ତୋଳନ କରି ସଂଘର୍ଷ ଆରମ୍ଭ କରିଥିଲେ । ସାମଜିକ୍ତା ସୁଧାର କ୍ଷେତ୍ରରେ ତାଙ୍କର ଅବଦାନ ନିମନ୍ତେ ସେ ବିଶ୍ୱ ଗୁରୁ ଏବଂ ଭକ୍ତି ଭଣ୍ଡାରୀ ନାମରେ ମଧ୍ୟ ପରିଚିତ । ସେ ଜାତି, ଧର୍ମ ,ଲିଙ୍ଗ ଏବଂ ସାମଜିକ ସ୍ଥିତି ନିର୍ବିଶେଷରେ ସମସ୍ତଙ୍କୁ ସାମାଜିକ କ୍ଷେତ୍ରରେ ସମାନ ଅବସର ଦେବାକୁ ଦାବୀ କରୁଥିଲେ ଏବଂ ଏହି ସାମାଜିକ ସଂସ୍କାର ନିମନ୍ତେ ଆନ୍ଦୋଳନ ମଧ୍ୟ କରିଥିଲେ ।
ଶ୍ରୀନିବାସ ରାମାନୁଜନ FRS ( pronunciation ) (୨୨ ଡିସେମ୍ବର 1887 – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ ’ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ଅର୍ଦ୍ଧଶତାବ୍ଦୀର ଓଡ଼ିଶା ଓ ତହିଁରେ ମୋର ସ୍ଥାନ
ଅର୍ଦ୍ଧଶତାବ୍ଦୀର ଓଡ଼ିଶା ଓ ତହିଁରେ ମୋର ସ୍ଥାନ ଗୋଦାବରୀଶ ମିଶ୍ରଙ୍କର ଆତ୍ମଜୀବନୀ ଅଟେ । ପୁସ୍ତକଟି ୧୯୬୩ମସିହାରେ ଗ୍ରନ୍ଥମନ୍ଦିରଦ୍ୱାରା ପ୍ରକାଶିତ ହୋଇଥିଲା । ଏହି ବହି ପାଇଁ ୧୯୬୧ରେ ତାଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମି ପୁରସ୍କାର ଦିଆଯାଇଥିଲା ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
କୁମାରିଲ ଭଟ୍ଟ (Kumārila Bhaṭṭa) ମଧ୍ୟଯୁଗୀୟ ଭାରତର ଜଣେ ହିନ୍ଦୁ ବ୍ରାହ୍ମଣବାଦୀ ଦାର୍ଶନିକ ଓ ମୀମାଂସା ଛାତ୍ର । ସେ ତାଙ୍କର ବିଭିନ୍ନ "ମୀମାଂଶାଶ୍ଳୋକବର୍ତ୍ତିକା" ଭଳି ମୀମାଂଶା ସମ୍ବନ୍ଧୀୟ ନିବନ୍ଧଗୁଡ଼ିକ ପାଇଁ ଜଣା । ସେ ବୈଦିକ ନିଶେଦ୍ଧାଜ୍ଞାର ଦୃଢ଼ ସମର୍ଥକ ଥିଲେ ଓ ପୂର୍ବ-ମୀମାଂଶାର ପ୍ରଚାରକ ଏବଂ ଜଣେ ନିଶ୍ଚିତ ରୂପେ ପ୍ରଥାପନ୍ଥୀ ଥିଲେ । ବର୍ତ୍ତିକା ଯାମିନୀଙ୍କ ପୂର୍ବ ମୀମାଂଶା ସୂତ୍ର ଉପରେ ସବରଙ୍କ ଟିପ୍ପଣୀର ଏକ ଉପଟିପ୍ପଣୀ ଭାବେ ରଚିତ ।
ଗୀତଗୋବିନ୍ଦ କବି ଜୟଦେବଙ୍କଦ୍ୱାରା ସଂସ୍କୃତ ଭାଷାରେ ରଚିତ ଦ୍ୱାଦଶ ଶତାବ୍ଦୀର ଏକ କାବ୍ୟ । ଦ୍ୱାଦଶ ସର୍ଗ ବିଶିଷ୍ଟ ଏହି କାବ୍ୟଟି ରାଧାକୃଷ୍ଣଙ୍କ ରାସଲୀଳା ଉପରେ ପର୍ଯ୍ୟବେସିତ । ବୈଷ୍ଣବ ଭକ୍ତି ମାର୍ଗ ଉପରେ ଗୀତଗୋବିନ୍ଦ କାବ୍ୟର ବିଶେଷ ପ୍ରଭାବ ପଡିଛି । କାନ୍ତ କୋମଳ ପଦାବଳୀ, ମଧୁର ଶବ୍ଦ ସଂଯୋଜନା, ଭକ୍ତି ଭାବରେ ପୂର୍ଣ୍ଣ ବିଷୟ ନିମନ୍ତେ ଗୀତଗୋବିନ୍ଦର ସଂସ୍କୃତ ସାହିତ୍ୟରେ ଏକ ବିଶେଷ ସ୍ଥାନ ରହିଚି । ପ୍ରସିଦ୍ଧ ଦଶାବତାର ବର୍ଣ୍ଣନା ଓ ସ୍ତୋତ୍ର ଏହି କାବ୍ୟର ପ୍ରଥମ ସର୍ଗରେ ରହିଛି । ଶ୍ରୀ ଜଗନ୍ନାଥ ସଂସ୍କୃତି ଓ ପରମ୍ପରାରେ ମଧ୍ୟ ଗୀତଗୋବିନ୍ଦର ଏକ ପ୍ରଧାନ ସ୍ଥାନ ରହିଛି।
ଭାରତୀୟ ମହାକାଶ ଗବେଷଣା ସଂସ୍ଥା ବା ଇସ୍ରୋ ହେଉଛି ଭାରତ ସରକାରଙ୍କ ପ୍ରମୁଖ ମହାକାଶ ପ୍ରାଧିକରଣ । ଏହା ପୃଥିବୀର ଛଅଟି ବଡ ସରକାରୀ ମହାକାଶ ପ୍ରାଧିକରଣ ମଧ୍ୟରୁ ଅନ୍ୟତମ ଯଥା: ଆମେରିକାର ନାସା (NASA), ଋଷିଆର RKA, ଇଉରୋପର ଇସା (ESA), ଚୀନର ସିନସଏ (CNSA) ଓ ଜାପାନର JAXA । ଏହି ସଂଗଠନର ମୂଳ ଉଦ୍ଦେଶ୍ୟ ହେଲା - ମହାକାଶ ତଥା ଗ୍ରହଜଗତ ସମ୍ବନ୍ଧରେ ତାତ୍ତ୍ୱିକ ଗବେଷଣା, ଅତ୍ୟାଧୁନିକ ମହାକାଶୀୟ ପ୍ରଯୁକ୍ତି ବିଦ୍ୟାର ଉନ୍ନତିକରଣ ଓ ଦେଶର ଉନ୍ନତିରେ ମହାକାଶର ପ୍ରୟୋଗ ।ଏହା ୧୯୬୯ରେ ପ୍ରତିଷ୍ଠା ହୋଇଥିଲା । ଭାରତୀୟ ରାଷ୍ଟ୍ରୀୟ ଅନ୍ତରୀକ୍ଷ ଅନୁସନ୍ଧାନ ସମିତି (INCOSPAR) ବଦଳରେ ସ୍ଥାପିତ ହୋଇଥିଲା । ଇସ୍ରୋ ମୁଖ୍ୟ କାର୍ଯାଳୟ ବାଙ୍ଗାଲୋରଠାରେ ଅବସ୍ଥିତ । ଏହା ଭାରତ ସରକାରଙ୍କ ମହାକାଶ ବିଭାଗ ଅନ୍ତର୍ଗତ ଅଟେ, ଯାହାକି ବର୍ତମାନ ପ୍ରଧାନମନ୍ତ୍ରୀଙ୍କ ଅଧୀନରେ କାର୍ଯ୍ୟ କରୁଅଛି । ଇସ୍ରୋକୁ ପ୍ରତିଷ୍ଠା କରିବାରେ ଡକ୍ଟର ବିକ୍ରମ ଅମ୍ବାଲାଲ୍ ସରାଭାଇଙ୍କର ଉଲ୍ଲେଖନୀୟ ଯୋଗଦାନ ଓ ଆପ୍ରାଣ ପ୍ରଚେଷ୍ଟା ଯୋଁଗୁ ତାଙ୍କୁ ଭାରତୀୟ ମହାକାଶ କାର୍ଯ୍ୟକ୍ରମର ଜନକ ବୋଲି କୁହାଯାଏ ।
କଣାଦ (ମୁନି) ହେଉଛନ୍ତି ବୈଦିକ ଭାରତର ଜଣେ ମୁନି ତଥା ବିଶିଷ୍ଟ ଦାର୍ଶନିକ ଗ୍ରନ୍ଥ ବୈଶେଷିକର ପ୍ରଣେତା । ବୈଶେଷିକ ଗ୍ରନ୍ଥ ପ୍ରାଚୀନ ଭାରତ ଏକ ବିଶିଷ୍ଟ ଗ୍ରନ୍ଥ ଯେଉଁଥିରେ ଧର୍ମ, ବିଜ୍ଞାନ ତଥା ଭାରତୀୟ ଦର୍ଶନର ଅଦ୍ଭୁତ ସମନ୍ୱୟ ଘଟିଛି । ଗ୍ରନ୍ଥଟିରେ ମୂଳତଃ ବସ୍ତୁତତ୍ତ୍ୱ ତଥା ଆଣବିକ ତତ୍ତ୍ୱ ବିଷୟରେ ସବିଶେଷ ବ୍ୟାଖ୍ୟା ରହିଛି । ଏକ ଅଧ୍ୟୟନ ଅନୁସାରେ, ସମକାଳୀନ ପୃଥିବୀରେ ଆଣବିକ ତତ୍ତ୍ୱ ସମ୍ବନ୍ଧରେ ଯାହାସବୁ ପ୍ରଚଳିତ ଧରଣା ରହିଥିଲା କଣାଦଙ୍କ ସୂତ୍ର ସେସବୁ ତୂଳନାରେ ବହୁ ଉନ୍ନତ ତଥା ବର୍ତ୍ତମାନର ଆଣବିକ ତତ୍ତ୍ୱର ନିକଟବର୍ତ୍ତୀ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ପୁଷପୁନି ଓଡ଼ିଶାର ପଶ୍ଚିମାଞ୍ଚଳରେ ପାଳିତ ଏକ କୃଷିଭିତ୍ତିକ ସାମାଜିକ ପର୍ବ । ପୌଷ ପୂର୍ଣ୍ଣମୀରେ ଧନୁଯାତ୍ରା ଶେଷ ହେବା ପରେ ପିଠାପଣା ଓ ଅାମିଷ ଭୋଜନ ମଧ୍ୟରେ ଏହା ପାଳିତ ହୁଏ । ଏହା ବରଗଡ଼ ସହରରେ ସବୁଠୁ ଅଧିକ ଜାକଜମକରେ ପାଳିତ ହୋଇଥାଏ । ଧନୁଯାତ୍ରା ସମୟରେ ଆମିଷ ଭୋଜନ ନିଷେଧ ହୋଇଥିବାରୁ ପୁଷପୁନି ଦିନ ଆମିଷ ଖାଇବା ଆରମ୍ଭ ହୁଏ । ଏହା ଏକ କୃଷି ବର୍ଷର ଶେଷ ଦିନ ।
ଲକ୍ଷ୍ମୀ ଅଗ୍ରୱାଲ (ଜନ୍ମ ୧ ଜୁନ ୧୯୯୦) ଜଣେ ଭାରତୀୟ ଏସିଡ-ଆକ୍ରମଣ ପୀଡିତା ଯିଏ କି ପରବର୍ତ୍ତୀ ସମୟରେ "Stop Acid Attack" ଅଭିଯାନର ପ୍ରଚାରକ ଭାବେ ଏଭଳି ପୀଡିତା ମାନଙ୍କର ଚିକିତ୍ସା ତଥା ଥଇଥାନ ପାଇଁ କାର୍ଯ୍ୟ କରିଆସୁଛନ୍ତି । ଏସିଡ ବିକ୍ରି ଉପରେ କଟକଣା ଲାଗୁ କରିବା ନିମନ୍ତେ ସେ ୨୭,୦୦୦ ସମର୍ଥକଙ୍କ ହସ୍ତାକ୍ଷର ଏକତ୍ର କରି ଭାରତର୍ ସର୍ବୋଚ୍ଚ ନ୍ୟାୟାଳୟରେ ଏକ ଜନସ୍ୱାର୍ଥ ମାମଲା ମାଧ୍ୟମରେ ନ୍ୟାୟାଳୟଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ଫଳରେ ଉକ୍ତ ମାମଲାରେ ( ଲକ୍ଷ୍ମୀ ବନାମ ଭାରତ ସରକାର ) ସର୍ବୋଚ୍ଚ ନ୍ୟାୟାଳୟ ସମସ୍ତ ରାଜ୍ୟ ତଥା କେନ୍ଦ୍ର ଶାସିତ ଅଞ୍ଚଳକୁ ଏସିଡ ବିକ୍ରି ଉପରେ କଟକଣା ଜାରି କରିବା ସହ ଏଭଳି ମାମଲାର ତ୍ୱରିତ ଫଇସଲା ଦିଗରେ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଜାରି କରିଥିଲେ । ସଂପ୍ରତି ସେ "Chhanv Foundation" ନାମକ ଏକ ବେସରକାରୀ ସଂଗଠନର ନିର୍ଦ୍ଦେଶିକା ଅଛନ୍ତି ଯାହାକି ଏସିଡ-ଆକ୍ରମଣ ପୀଡିତାଙ୍କ ଥଇଥାନ ଦିଗରେ କାମ କରିଥାଏ । ତାଙ୍କ ସାହସିକତା ପାଇଁ ଆମେରିକା ପକ୍ଷରୁ ତାଙ୍କୁ "International Woman of the Year" ସମ୍ମାନରେ ସମ୍ମାନିତ କରାଯାଇଛି ।
ଫସଫାଟେଜ ଏକ ଏନଜାଇମ ଯାହା ଜଳ ବ୍ୟବହାର କରି ଫସଫୋରିକ ଏସିଡ ଇସ୍ଟରକୁ (phosphoric acid monoester) ଭାଙ୍ଗି ଫସଫେଟ ଆୟନ ଓ ଆଲକୋହୋଲରେ (en:alcohol) ପରିଣତ କରେ । ସବସ୍ଟ୍ରେଟକୁ କାଟାଲାଇଜ କରି ହାଇଡ୍ରୋଲିସିସ କରୁଥିବାରୁ ଏହାକୁ ହାଇଡ୍ରୋଲେଜର (hydrolases) ଉପଶ୍ରେଣୀ ବା ସବକାଟେଗୋରିରେ ଭାବରେ ନିଆଯାଏ । ଅନେକ ଜୈବିକ କାର୍ଯ୍ୟରେ ଫସଫାଟେଜ ଅତ୍ୟାବଶ୍ୟକ ହୁଏ କାରଣ ପ୍ରୋଟିନ କାଇନେଜ (protein kinases) ଯୋଗୁ ଫସଫୋରିଲେସନ ଓ ଫସଫାଟେଜ ଯୋଗୁ ଡିଫସଫୋରିଲେସନ ଭୂମିକାରେ ଜୀବକୋଷ ବିକାଶ (cellular regulation) ଓ ସିଗନାଲିଙ୍ଗ (signaling) ସମ୍ପନ୍ନ ହୁଏ । ମଲିକ୍ୟୁଲରୁ ଫସାଫାଟେଜ ଫସଫେଟ ଦଳକୁ କାଢ଼ିନିଏ, ଫସଫେଟ ଦଳକୁ କାଇନେଜ କାଟାଲାଇଜ କରି ଏଟିପିର ମଲିକ୍ୟୁଲ ତିଆରି କରେ । କାଇନେଜ ଓ ଫସଫାଟେଜଦ୍ୱୟ ମିଳିମିଶି ପୋଷ୍ଟ-ଟ୍ରାନ୍ସଲେସନାଲ ମଡିଫିକେସନ (post-translational modification) ନିର୍ଦ୍ଦେଶ ଦିଅନ୍ତି ଯାହା ଜୀବକୋଷର ରେଗୁଲେଟରି ନେଟୱର୍କ ନିମନ୍ତେ ଅତ୍ୟବଶ୍ୟକ ହୁଏ । ଫସଫାଟେଜ ଓ ଫସଫୋରିଲେଜ ଏନଜାଇମ ଦୁଇଟି ପୃଥକ ଓ ଏଥିରେ ଦ୍ୱନ୍ଦ୍ୱ ରହିବା କଥା ନୁହେଁ; ଫସଫୋରିଲେଜ ଏନଜାଇମ ହାଇଡ୍ରୋଜେନ ଫସଫେଟ ମଲିକ୍ୟୁଲରୁ ଫସଫେଟ ଦଳକୁ ଏକ ଆକସେପ୍ଟରକୁ ଟ୍ରାନସଫର କରେ । ଜୀବକୋଷର ନିୟନ୍ତ୍ରଣରେ ବିଶେଷ ଭୂମିକା ଥିବାରୁ ଫର୍ମାସିଉଟିକାଲ ଗବେଷଣା ନିମନ୍ତେ ଫସଫାଟେଜ ଉପରେ ଅଧିକ ରୁଚି ରହେ ।
ବିଶ୍ୱନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କ ଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଭୁବନେଶ୍ୱର ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ୱର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ୱର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ୱାରା ବିଶେଷ ଆଦୃତ ହୋଇଅଛି ।ଭୁବନେଶ୍ୱର ନାମଟି ଶିବଙ୍କ ଅନ୍ୟନାମ ତ୍ରିଭୁବନେଶ୍ୱର ନାମରୁ ଆସିଅଛି । ଭୁବନେଶ୍ୱର ୩୦୦୦ ବର୍ଷ ଆଗରୁ ମହାମେଘ ବାହନ ଚେଦି ବଂଶଦ୍ୱାରା ଆରମ୍ଭ ହୋଇଥିଲା ଯେଉଁମାନଙ୍କ ରାଜଧାନୀ ବର୍ତ୍ତମାନର ଭୁବନେଶ୍ୱର ପାଖ ଶିଶୁପାଳଗଡ଼ରେ ଥିଲା । ଭୁବନେଶ୍ୱର ତୋଷାଳୀ, କଳିଙ୍ଗ ନଗରୀ, ନଗର କଳିଙ୍ଗ, ଏକାମ୍ର କାନନ, ଏକାମ୍ର କ୍ଷେତ୍ର ଏବଂ ମନ୍ଦିର ମାଳିନୀ ନଗରୀ ନାମରେ ପ୍ରସିଦ୍ଧ ।
କମଳା ଦାସ (ଜନ୍ମ: ୧୬ ଅଗଷ୍ଟ ୧୯୪୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଜନତା ଦଳର ଜଣେ କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ, ମାତ୍ର ପରବର୍ତ୍ତୀ ସମୟରେ ବିଜୁ ଜନତା ଦଳର ଗଠନ ପରେ ସେ ବିଜେଡ଼ିରେ ଯୋଗ ଦେଇଥିଲେ ଏବଂ ପରେ ବିଜେଡ଼ି ଛାଡ଼ି ଭାରତୀୟ ଜାତୀୟ କଂଗ୍ରେସରେ ଯୋଗ ଦେଇଥିଲେ ଓ ୨୦୧୪ ମସିହାରେ ପୁଣି କଂଗ୍ରେସ ଛାଡ଼ି ବିଜେଡ଼ିରେ ଯୋଗ ଦେଇଥିଲେ । କମଳା ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟିକା ଭାବରେ କାର୍ଯ୍ୟ କରିବା ସହ ଜଣେ ମନ୍ତ୍ରୀ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ ।କମଳା ୧୯୯୦ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଜନତା ଦଳର ପ୍ରତିନିଧି ଭାବରେ ନିର୍ବାଚନରେ ବିଜୟୀ ହୋଇ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହାପରେ ସେ ୧୯୯୫ ଓଡ଼ିଶା ବିଧାନ ସଭା ନିର୍ବାଚନରେ ପୁଣିଥରେ ଜନତା ଦଳର ପ୍ରତିନିଧି ଭାବରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ବିଜୟୀ ହୋଇ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ପରେ ସେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ୨୦୦୦ ମସିହାରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀ ଆସନରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।କମଳା ୧୦ମ ଓଡ଼ିଶା ବିଧାନ ସଭାରେ ବିଜୁ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ୧୯୯୦ରୁ ୧୯୯୫ ଯାଏଁ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ଏବଂ ପୁଣିଥରେ ୧୨ଶ ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ଜଣେ ମନ୍ତ୍ରୀ ଭାବରେ ୨୦୦୦ ମସିହାରୁ ୨୦୦୧ ମସିହାଯାଏଁ କାର୍ଯ୍ୟ କରିଥିଲେ ।
୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏହି ଦିନଟିକୁ ସାଧାରଣତନ୍ତ୍ର ଦିବସ ରୂପେ ପାଳନ କରାଯାଏ । ସାଧାରଣତନ୍ତ୍ର ଦିବସରେ ରାଷ୍ଟ୍ରପତି ରାଜଧାନୀ ଦିଲ୍ଲୀର ଲାଲକିଲ୍ଲା ଦୁର୍ଗଠାରେ ଜାତୀୟ ପତାକା ଉତ୍ତୋଳନ କରି ଭାରତୀୟ ସାମରିକ ବାହିନୀ,ଅର୍ଦ୍ଧ ସାମରିକ ବାହିନୀ,ପୁଲିସ ବାହିନୀ ଓ ଦେଶର ବିଭିନ୍ନ ଅଂଚଳରୁ ଆସିଥିବା କ୍ୟାଡେଟ ମାନଙ୍କଠାରୁ ପ୍ୟାରେଡ଼ ଅଭିବାଦନ ଗ୍ରହଣ କରନ୍ତି ।
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ୱବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ଅବହେଳିତ ଉଷ୍ଣକଟିବନ୍ଧିୟ ରୋଗ (ଇଂରାଜୀ ଭାଷାରେ Neglected tropical diseases (NTDs)) କହିଲେ ଭିନ୍ନ ଭିନ୍ନ ଉଷ୍ଣକଟିବନ୍ଧିୟ ସଂକ୍ରମଣ (tropical infections) ସମୂହର ଏକ ଦଳକୁ ବୁଝାଏ ଯାହାଦ୍ୱାରା ବିକାଶଶୀଳ ଏସିଆ, ଆଫ୍ରିକା ଓ ଆମେରିକୀୟ ଦେଶମାନଙ୍କରେ (developing regions) ବାସ କରୁଥିବା ନିମ୍ନ ଆୟକାରୀ ଲୋକମାନେ ଆକ୍ରାନ୍ତ ହୁଅନ୍ତି । ବିଭିନ୍ନ ଧରଣର ରୋଗ ସୃଷ୍ଟିକାରୀ ଭୂତାଣୁ, ଜୀବାଣୁ, ପ୍ରୋଟୋଜୋଆ (protozoa) ଓ ହେଲମିନ୍ଥମାନେ (helminths) ରୋଗ ସୃଷ୍ଟି କରନ୍ତି । ଏହାର ବିପରୀତ ତିନୋଟି ରୋଗ ଯଥା:- ମ୍ୟାଲେରିଆ, ଯକ୍ଷ୍ମା ଓ ଏଚଆଇଭି/ଏଡସ ରୋଗମାନଙ୍କ ନିମନ୍ତେ ଅଧିକ ଚିକିତ୍ସାର ସୁବିଧା କରାଯାଉଛି ଓ ଅଧିକ ଗବେଷଣା ନିମନ୍ତେ ଅର୍ଥ ଲବ୍ଧ ହେଉଛି । ସବ-ସାହାରା ଆଫ୍ରିକାରେ ଏହି ରୋଗମାନଙ୍କର ପ୍ରଭାବ ମ୍ୟାଲେରିଆ ଓ ଯକ୍ଷ୍ମା ସହିତ ତୁଳନୀୟ । ଅବହେଳିତ ଉଷ୍ଣକଟିବନ୍ଧିୟ ରୋଗ ସଂକ୍ରମଣ ଯୋଗୁ ଏଚଆଇଭି/ଏଡସ ରୋଗ ଅଧିକ ସାଂଘାତିକ ହୋଇଯାଏ । କେତେକ କ୍ଷେତ୍ରରେ ଚିକିତ୍ସା ଅପେକ୍ଷାକୃତ ଖର୍ଚ୍ଚାନ୍ତ ସାବ୍ୟସ୍ତ ହୁଏ । ଉଦାହରଣ ସ୍ୱରୂପ ସିସ୍ଟୋସୋମିଆସିସ ରୋଗ ହେଲେ ଏକ ପିଲା ପିଛା ବାର୍ଷିକ ୟୁଏସ ୦.୨୦ ଡଲାର ଖର୍ଚ୍ଚ ହୁଏ । ସନ ୨୦୧୦ରେ ଦେଖାଗଲା ଯେ ଏହି ଅବହେଳିତ ରୋଗମାନଙ୍କର ନିୟନ୍ତ୍ରଣ ପାଇଁ ପରବର୍ତ୍ତୀ ୫ରୁ ୭ ବର୍ଷରେ ୨ରୁ୩ ୟୁଏସ ଡଲାର ଆବଶ୍ୟକ ହେବ । କେତେକ ଔଷଧ କମ୍ପାନୀ ଏଥିପାଇଁ ଆବଶ୍ୟକ ଔଷଧ ଦେବାକୁ ସମ୍ମତି ଜଣେଇଛନ୍ତି ଓ କେତେକ ଦେଶମାନଙ୍କରେ ସାମୁହିକ ଡିୱର୍ମିଙ୍ଗ (mass drug administration ଯେପରିକି mass deworming) ବା କୀଟନାଶ ଔଷଧ ସେବନ ସଫଳ ହୋଇଛି । ପ୍ରତିଷେଧକ ଉପାୟଗୁଡ଼ିକ ବିକଶିତ ରାଷ୍ଟ୍ରମାନଙ୍କରେ ଉପଲବ୍ଧ ହେଉଛି, ଗରିବ ରାଷ୍ଟ୍ରମାନଙ୍କରେ ମିଳୁନି । ବିକଶିତ ରାଷ୍ଟ୍ରମାନଙ୍କରେ (developed countries) ସମାଜର ଦରିଦ୍ର ଶ୍ରେଣୀର ଲୋକମାନଙ୍କୁ ଅବହେଳିତ ଉଷ୍ଣକଟିବନ୍ଧିୟ ରୋଗ ଆକ୍ରମଣ କରେ । ଯୁକ୍ତରାଷ୍ଟ୍ର ଆମେରିକାରେ ପ୍ରାୟ ୧.୪୬ ନିୟୁତ ପରିବାର ଓ ୨.୮ ନିୟୁତ ଶିଶୁ ଦୈନିକ ଦୁଇ ଡଲାରରୁ କମ୍ ଆମଦାନୀରେ ଚଳନ୍ତି । ଏହିଭଳି ଦେଶମାନଙ୍କରେ ଏହି ଅବହେଳିତ ଉଷ୍ଣକଟିବନ୍ଧିୟ ରୋଗ ସମସ୍ୟା ଅପେକ୍ଷା ଅନ୍ୟାନ୍ୟ ସ୍ୱାସ୍ଥ୍ୟ ସମସ୍ୟା ଅଧିକ ଗୁରୁତ୍ୱ ବହନ କରେ । ଉଲ୍ଲେଖନୀୟ କଥା ଏହି ଯେ ଏହି ସମସ୍ୟାଗୁଡ଼ିକ ଅବଶେଷରେ ବିକଶିତ ଓ ବିକାଶଶୀଳ ଦେଶର ଜନସଂଖ୍ୟାକୁ ଅଧିକ ସଙ୍କଟରେ ରଖିଦିଏ । ଉଦାହରଣ ସ୍ୱରୂପ, ଦାରିଦ୍ର୍ୟ ଯୋଗୁ ଗୃହହୀନ ଲୋକଙ୍କୁ ରୋଗର ଭେକ୍ଟରମାନେ ଅଧିକ ସଙ୍କଟରେ ରଖନ୍ତି ।କୋଡ଼ିଏଟି ଉଷ୍ଣକଟିବନ୍ଧିୟ ରୋଗ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଚିହ୍ନଟ କରିଥିଲେ ମଧ୍ୟ ଅନ୍ୟାନ୍ୟ ସଂସ୍ଥାମାନଙ୍କର ଏହି ସହିତ ମତଭେଦ ଅଛି । ସନ ୨୦୧୭ରେ କ୍ରୋମୋବ୍ଲାସ୍ଟୋମାଇକୋସିସ (Chromoblastomycosis ଓ ଅନ୍ୟାନ୍ୟ ମାଇକୋସିସ, କାଛୁ, କେତେକ ବାହ୍ୟପରଜୀବୀ ଓ ସାପକାମୁଡ଼ା ବିଷକ୍ରିୟା ଏହି ଲିସ୍ଟ ବା ଚିଠାରେ ଯୋଗ କରାଯାଇଥିଲା । ଏହି ରୋଗଗୁଡ଼ିକ ସ୍ଥାନିୟ ରୋଗ (common) ଭାବରେ ୧୪୯ଟି ଦେଶରେ ୫୦୦ ନିୟୁତ ଶିଶୁ ସହିତ ୧.୪ ବିଲିଅନ ଲୋକଙ୍କୁ ଆକ୍ରମଣ କରିବା ଯୋଗୁ ପ୍ରତି ବର୍ଷ ପ୍ରାୟ କିଛି ବିଲିଅନ ଡଲାର ଖର୍ଚ୍ଚ ହୁଏ । ଏହି ରୋଗ ଫଳରେ ସନ ୧୯୯୦ରେ ୨୦୪,୦୦୦ ମୃତ୍ୟୁ ହୋଇଥିବା ବେଳେ ସନ ୨୦୧୩ରେ କମିଯାଇ ୧୪୨,୦୦୦ ମୃତ୍ୟୁ ହୋଇଥିଲା । କୋଡ଼ିଏଟି ମୂଳୋତ୍ପାଟନ କରିବା ଲକ୍ଷରୁ ସନ ୨୦୧୬ ସୁଦ୍ଧା ଡ୍ରାକୁନ୍କୁଲିଆସିସ, ସନ ୨୦୨୦ ସୁଦ୍ଧା ୟଜ ରୋଗ ଓ ସନ ୨୦୨୦ ସୁଦ୍ଧା ଟ୍ରାକୋମା, ଆଫ୍ରିକୀୟ ଟ୍ରିପାନୋସୋମିଆସିସ, କୁଷ୍ଠ ଓ ଗୋଦର ରୋଗମାନଙ୍କୁ ନିର୍ମୁଳ କରିବା ଲକ୍ଷ ରହିଛି ।
ଅଖିଳ ମୋହନ ପଟ୍ଟନାୟକ ଜଣେ ଜଣାଶୁଣା ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
୧୮୧୭ ମସିହାରେ ଇଂରେଜ ସରକାର ବିରୁଦ୍ଧରେ ଓଡ଼ିଶାରେ ପ୍ରଥମ ବିଦ୍ରୋହ ହୋଇଥିଲା , ଯାହାର ନାମ ପାଇକ ବିଦ୍ରୋହ ବା ଖୋର୍ଦ୍ଧା ବିଦ୍ରୋହ । ଏହାକୁ ପାଇକ ବିଦ୍ରୋହ କୁହାଯାଉଥିଲେହେଁ ପ୍ରକୃତରେ ଏହା ଥିଲା ଭାରତର ପହିଲି ସ୍ୱାଧୀନତା ଲଢ଼େଇ । ଏହାର ନେତୃତ୍ୱ ନେଇଥିଲେ ସଂଗ୍ରାମ ବୀର ବକ୍ସି ଜଗବନ୍ଧୁ ବିଦ୍ୟାଧର ମହାପାତ୍ର ଭ୍ରମରବର ରାୟ । ନିଜର ଯୋଗ୍ୟତା ବଳରେ ସେ ଖୋର୍ଦ୍ଧା ରାଜାଙ୍କର ସେନାପତି ହୋଇପାରିଥିଲେ । ପାଇକ ସର୍ଦାରମାନଙ୍କର ସମ୍ମିଳିତ ସହଯୋଗରେ ୧୮୧୭ ମସିହାରେ ସେ ପାଇକ ବିଦ୍ରୋହର ନେତୃତ୍ୱ ନେଇଥିଲେ । ଇଂରେଜମାନଙ୍କର କଠୋର ଦମନ ନୀତି ସତ୍ତ୍ୱେ ବକ୍ସିଙ୍କ ବୀରତ୍ୱ ଓ ପାଇକମାନଙ୍କର ମିଳିତ ସଂଘର୍ଷ ଯୋଗୁଁ ବିଦ୍ରୋହ ଦମନ କରିବା ସହଜ ହୋଇନଥିଲା । ଦୀର୍ଘଦିନ ଧରି ସଂଗ୍ରାମ ଚାଲୁ ରଖିବାପରେ ଅନେକ ପାଇକ ସର୍ଦାର ଧରାପଡ଼ି ଦ୍ୱୀପାନ୍ତର ଦଣ୍ଡ ଭୋଗିଥିଲେ । ବହୁଦିନ ଜଙ୍ଗଲରେ ଲୁଚି ସଂର୍ଘଷ କରିବା ପରେ ବକ୍ସି ନିଜେ ଆତ୍ମ ସମର୍ପଣ କରିଥିଲେ ।
ଚନ୍ଦ୍ର ପୃଥିବୀର ଚାରିପଟେ ଘୁରୁଥାଏ, ପୃଥିବୀ ସୂର୍ଯ୍ୟର ଚାରିପଟେ ଘୁରୁଥାଏ , ଏହିପରି ଘୂର୍ଣ୍ଣନ ପ୍ରକ୍ରିୟା ଅହରହ ଚାଲିଥାଏ । ଯେଉଁ ଦିନ ଚନ୍ଦ୍ର, ପୃଥିବୀ ଆଉ ସୂର୍ଯ୍ୟ ଏକା ସରଳ ରେଖାରେ ଅବତୀର୍ଣ୍ଣ କରନ୍ତି ଏବଂ ସୂର୍ଯ୍ୟ ଓ ଚନ୍ଦ୍ର ମଧ୍ୟରେ ପୃଥିବୀ ଅବସ୍ଥାନ କରେ ସେହି ଦିନ ସୂର୍ଯ୍ୟଙ୍କଠାରୁ ଆସୁଥିବା ଆଲୋକ ଚନ୍ଦ୍ରଙ୍କ ପାଖରେ ପହଞ୍ଚି ପାରେ ନାହିଁ ଏବଂ ସେହି ସମୟରେ ପୃଥିବୀର ଛାଇ ଚନ୍ଦ୍ରଙ୍କ ଉପରେ ପଡେ ସେହି ସମୟରେ ଚନ୍ଦ୍ର ଲାଲ୍ ଦେଖାଯାଆନ୍ତି , ସେହି ସମୟକୁ ଚନ୍ଦ୍ରଗ୍ରହଣ ବୋଲି କୁହାଯାଏ । ଏହା କେବଳ ପୂର୍ଣିମା ତିଥୀରେ ହୋଇଥାଏ !
ଅତି ଗୁରୁତର ଘୂର୍ଣ୍ଣିବାତ୍ୟା ଫଣୀ ( /ˈfɒniː/; ବଙ୍ଗଳା: ফণী) ୨୦୧୯ ମସିହା ମଇ ମାସ ପ୍ରାରମ୍ଭରେ ଆସିଥିବା ଏକ ଶକ୍ତିଶାଳୀ କ୍ରାନ୍ତୀୟ ଘୁର୍ଣ୍ଣିବାତ୍ୟା । ଏହାକୁ ଫୋନୀ, ଫନି ଏବଂ ଫନୀ ନାମରେ ମଧ୍ୟ ଉଲ୍ଲେଖ କରାଯାଇଥାଏ । ଏହା ପୂର୍ବ ଭାରତରେ ପୁରୀଠାରେ ମଇ ମାସ ୩ ତାରିଖ ସକାଳରେ ଲ୍ୟାଣ୍ଡଫଲ କରିଥିଲା । ୨୦୧୯ ଉତ୍ତର ଭାରତୀୟ ମହାସାଗର ବାତ୍ୟା ଋତୁର ଫଣୀ ପଞ୍ଚମ ଗୁରୁତର ଝଡ଼ବାତ୍ୟା ଏବଂ ଚତୁର୍ଥ ନାମିତ ବାତ୍ୟା ଥିଲା । ଫଣୀ ପ୍ରଭାବରେ ଓଡ଼ିଶାର ପୁରୀ ଜିଲ୍ଲା ଏବଂ ଭୁବନେଶ୍ୱର ସର୍ବାଧିକ କ୍ଷତିଗ୍ରସ୍ତ ହୋଇଥିଲାବେଳେ ପାଖାପାଖି ଦେଢ଼ କୋଟିରୁ ଅଧିକ ଲୋକ ପ୍ରଭାବିତ ହୋଇଥିଲେ । ଓଡ଼ିଶାର ପ୍ରାୟ ୧୩ଟି ଜିଲ୍ଲାରେ ଏହି ବାତ୍ୟାଦ୍ୱାରା ପ୍ରଭାବିତ ହୋଇଥିଲା । ବଙ୍ଗଳାଦେଶରେ ଫଣୀ ଯୋଗୁଁ ୧୫ ଜଣଙ୍କର ମୃତ୍ୟୁ ଘଟିଥିଲା । ଓଡ଼ିଶାରେ ୪୧ ଜଣ ବ୍ୟକ୍ତିଙ୍କ ସମେତ ୩୪ ଲକ୍ଷ ୫୨ ହଜାର ପଶୁପକ୍ଷୀଙ୍କର ମୃତ୍ୟୁ ଘଟିଥିଲା ।
ପୁଲୱାମା ଆକ୍ରମଣ ୧୪ ଫେବୃୟାରୀ ୨୦୧୯ ମସିହାରେ ହୋଇଥିଲା । ଏହି ଆକ୍ରମଣରେ କିଛି ଭାରତୀୟ ସୈନ୍ୟବାହିନୀଙ୍କୁ (CRPF) ନେଇ ଜମ୍ମୁ ଶ୍ରୀନଗର ଜାତୀୟ ରାଜପଥରେ ଯାଉଥିବା ଏକ ପ୍ରତିରକ୍ଷା ବାହିନୀ ଗାଡ଼ିକୁ ଜଣେ ଆତ୍ମଘାତୀ ବିସ୍ଫୋରଣକାରୀଦ୍ୱାରା ଅବନ୍ତିପୁରା ନିକଟସ୍ଥ ଲେଥପୋରା, ପୁଲୱାମା ଜିଲ୍ଲା, ଜମ୍ମୁ ଓ କାଶ୍ମୀରଠାରେ ଆକ୍ରମଣ କରାଯାଇଥିଲା । ଏଥିରେ ୪୬ଜଣ ସିଆରପିଏଫ ସୈନ୍ୟ ଶହୀଦ ହୋଇଥିଲେ, ଏଥି ସହ ବିସ୍ଫୋରଣକାରୀର ମଧ୍ୟ ମୃତ୍ୟୁ ଘଟିଥିଲା । ଏହି ଆକ୍ରମଣକୁ ପାକିସ୍ତାନରେ ଥିବା ଏକ ଇସଲାମ ସଙ୍ଗଠନ, ଜୈଶ-ଏ-ମହମ୍ମଦ ଘଟାଇଥିବା ଦାବି କରିଛି ।
ଧୁମ୍ ୨ ୨୦୦୬ ମସିହାରେ ମୁକ୍ତିଲାଭ କରିଥିବା ଏକ ହିନ୍ଦୀ ଆକ୍ସନ ଥ୍ରିଲର୍ କଥାଚିତ୍ର । ଏହି କଥାଚିତ୍ରଟିର ୟଶ୍ରାଜ୍ ଫିଲ୍ମସ୍ ବ୍ୟାନନରେ ନିର୍ମାଣ କରାଯାଇଥିଲା । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଆଦିତ୍ୟ ଚୋପ୍ରା ଏବଂ ୟଶ୍ ଚୋପ୍ରା । ନିର୍ଦ୍ଦେଶକ ସଞ୍ଜୟ ଗାଧବୀ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ । ଏହି କଥାଚିତ୍ରଟିର ନିର୍ମାଣ ପାଇଁ ପାଖାପାଖି ୩୫ କୋଟି ଟଙ୍କା ଖର୍ଚ୍ଚ ହୋଇଥିଲା । ଏହି କଥାଚିତ୍ରଟିର ହିନ୍ଦୀ କଥାଚିତ୍ର ଧୁମ୍ ସିରିଜ୍ର ୨ୟ ଭାଗ ଥିଲା, ଯାହାର ପ୍ରଥମ କଥାଚିତ୍ର ୨୦୦୪ ମସିହାରେ ମୁକ୍ତିଲାଭ କରିଥିଲା । ପୂର୍ବ ଭାଗ ଭଳି ଏହି ଭାଗରେ ମଧ୍ୟ ଅଭିଶେକ ବଚ୍ଚନ ଏବଂ ଉଦୟ ଚୋପ୍ରା ଯଥାକ୍ରମେ ଜୟ ଦିକ୍ଷୀତ ଏବଂ ଅଲ୍ଲୀ ଖାନ୍ ନାମକ ପୋଲିସ ଅଫିସର ବନ୍ଧୁ ଭାବରେ କାର୍ଯ୍ୟ କରିଥିଲେ । ପୂର୍ବ ଭାଗର ଅଭିନେତ୍ରୀ ରିମି ସେନ୍ ମଧ୍ୟ ଅଭିଶେକ ବଚ୍ଚନଙ୍କର ପତ୍ନୀ ସୁଇଟ୍ଟି ଦିକ୍ଷୀତ ଭାବରେ ଅଭିନୟ କରିଥିଲେ । ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ହ୍ରିତିକ୍ ରୋଶନ, ଅଭିଶେକ ବଚ୍ଚନ, ଐଶ୍ୱର୍ଯ୍ୟା ରାୟ, ଉଦୟ ଚୋପ୍ରା ଏବଂ ବିପାଶ ବସୁ ଅଭିନୟ କରିଥିଲେ । ଏହି କଥାଚିତ୍ରଟି ଭାରତ, ଡର୍ବାନ ଏବଂ ରିଓ ଦେ ଜନେରିଓରେ ସୁଟିଂ କରାଯାଇଥିଲା, ଯାହାକି ବ୍ରାଜିଲ୍ରେ ସୁଟିଂ କରାଯାଇଥିବା ଏକ ବଡ଼ ଭାରତୀୟ ଫିଲ୍ମ ଥିଲା । ଏହି କଥାଚିତ୍ରଟିର ବିତରକ ଏବଂ ପ୍ରଯୋଜକ ୟଶ୍ରାଜ୍ ଫିଲ୍ମସ୍ ଏହାର ପ୍ରଚାର ପାଇଁ ପେପେ ଜିନ୍ସ ଏବଂ କୋକା-କୋଲା ଭଳି ବଡ଼ ବଡ଼ ସଂସ୍ଥା ସହ କର୍ଯ୍ୟ କରିଥିଲେ । ୨୦୦୬ ମସିହାର ନଭେମ୍ବର ମାସ ୨୪ ତାରିଖରେ ଏହି କଥାଚିତ୍ରଟିର ଭାରତରେ ମୁକ୍ତିଲାଭ କରିଥିଲା ଏବଂ ୧୮୦୦ରୁ ଅଧିକ ପ୍ରେକ୍ଷାଳୟରେ ମୁକ୍ତିଲାଭ କରି ଭାରତୀୟ କଥାଚିତ୍ର ଜଗତରେ ଏହା ଏକ ଇତିହାସ ସୃଷ୍ଟି କରିଥିଲା । ଏହି କଥାଚିତ୍ରଟି ଏକା ସାଙ୍ଗରେ ତାମିଲ ଏବଂ ତେଲୁଗୁ ଭାଷାରେ ଡବିଂ କରାଯାଇ ମୁକ୍ତିଲାଭ କରିଥିଲା । ଗାୟକ ବିଜୟ ପ୍ରକାଶ ତାମିଲ ଭାଷାର ଡବିଂରେ ଏସିପି ଜୟ ଦୀକ୍ଷିତର ସ୍ୱର ଦେଇଥିଲେ ।
ଦୁର୍ଗାଙ୍କର ବିଦ୍ୟାରୂପୀ ଦଶଶକ୍ତି ନିରୂପଣ କରାଯାଇଛି ଆଗମ ଶାସ୍ତ୍ରରେ । ସେହି ଦଶ ମହାବିଦ୍ୟା ହେଉଛନ୍ତି - କାଳୀ, ତାରା, ଷୋଡ଼ଶୀ, ଭୁବନେଶ୍ୱରୀ, ଭୈରବୀ, ଛିନ୍ନାମସ୍ତା, ଧୂମାବତୀ, ବଗଳାମୁଖୀ, ମାତଙ୍ଗୀ ଏବଂ କମଳା। ଏହାମଧ୍ୟରେ କାଳୀ, ତାରା, ଛିନ୍ନମସ୍ତା, ଧୂମାବତୀ ଉଗ୍ରା, ତଥା ବଗଳା, ଭୈରବୀ ସୌମ୍ୟୋଗ୍ର ମହାବିଦ୍ୟା ଏବଂ ଷୋଡ଼ଶୀ, ଭୁବନେଶ୍ୱରୀ, କମଳା, ମାତଙ୍ଗୀ ସୌମ୍ୟ ମହାବିଦ୍ୟା ରୂପେ ପରିଚିତା । ସୌମ୍ୟ ମହାବିଦ୍ୟାଙ୍କୁ ଶ୍ରୀସୁନ୍ଦରୀ କୁଳରେ ଅନ୍ତର୍ଭୁକ୍ତ କରାଯାଇଛି ଏବଂ ଉଗ୍ର, ସୌମ୍ୟୋଗ୍ର ମହବିଦ୍ୟାଙ୍କୁ କାଳୀ କୁଳରେ ଅନ୍ତର୍ଭୁକ୍ତ କରାହୋଇଛି । ଶ୍ରୀସୁନ୍ଦରୀ ଦେବୀମାନଙ୍କ ଆରଧନା ଗୃହ ମଧ୍ୟରେ ହେଉଥିଲାବେଳେ କାଳୀକୁଳ ଦେବୀମାନଙ୍କ ଉପାସନା ଶ୍ମଶାନ, ବଣ, ନଦୀତଟ ଆଦି ନିର୍ଜନ ସ୍ଥାନରେ ହୋଇଥାଏ, ତଥା ସୌମ୍ୟୋଗ୍ର ବିଦ୍ୟା ଉଭୟ ସ୍ଥାନରେ ଉପାସିତା ହୁଅନ୍ତି ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଭାରତୀୟ ସମ୍ବିଧାନର ମୁଖବନ୍ଧ ଓ ମୌଳିକ ବୈଶିଷ୍ଟ୍ୟ
ଭାରତୀୟ ସମ୍ବିଧାନର ବୈଶିଷ୍ଟ୍ୟ ବର୍ଣ୍ଣନା କଲାବେଳେ କେତେକ ପ୍ରଧାନ ବ୍ୟବସ୍ଥା ପ୍ରତି ଦୃଷ୍ଟିଦେବାକୁ ହୁଏ ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ୱାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ୱର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ୱର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ୱାରା ପରିଚାଳିତ ହେଉଛି । ସୁଶାନ୍ତ କୁମାର ମହାନ୍ତି ଏବେ ସମାଜର କାର୍ଯ୍ୟକାରୀ ସମ୍ପାଦକ ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ପ୍ରମିଳା ମଲ୍ଲିକ (ଜନ୍ମ: ୪ ମାର୍ଚ୍ଚ ୧୯୬୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ୧୯୯୦ ମସିହାରେ ସେ ଓଡ଼ିଶା ବିଧାନ ସଭାର ୧୦ମ ସଭାକୁ ଜନତା ଦଳର ପ୍ରତିନିଧି ଭାବରେ ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ପ୍ରଥମ ଥର ପାଇଁ ନିର୍ବାଚିତ ହୋଇଥିଲେ । ପରବର୍ତ୍ତୀ ସମୟରେ ସେ ପୁଣିଥରେ ୨୦୦୦ ମସିହା ଓଡ଼ିଶା ସାଧାରଣ ନିର୍ବାଚନରେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ସେହି ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ଏହାପରେ ସେ ଲଗାତାର ୨୦୦୪ ମସିହାରେ ୧୩ଶ, ୨୦୦୯ ମସିହାରେ ୧୪ଶ ଏବଂ ୨୦୧୪ ମିସିହାରେ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ପ୍ରମିଳା ପ୍ରଥମଥର ପାଇଁ ୨୦୦୪ ମସିହାରେ ୧୩ଶ ଓଡ଼ିଶା ବିଧାନ ସଭାର ମନ୍ତ୍ରୀମଣ୍ଡଳରେ ମନ୍ତ୍ରୀ ହୋଇଥିଲେ । ସେ ମହିଳା ଓ ଶିଶୁ ବିକାଶ ବିଭାଗର ମନ୍ତ୍ରୀ ଥିଲେ ।
ପ୍ରଫେସର ଦାଶରଥି ଦାସ, ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ, ପ୍ରାବନ୍ଧିକ ତଥା ସମାଲୋଚକ । ସେ କେନ୍ଦ୍ରାପଡ଼ା ଜିଲ୍ଲାର ଅୟତପୁରଠାରେ ୧୭ ଜୁଲାଇ ୧୯୩୬ରେ ଜନ୍ମଗ୍ରହଣ କରିଥିଲେ । ସେ ରେଭେନ୍ସା ମହାବିଦ୍ୟାଳୟ ଓ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଅଧ୍ୟାପନା କରିଥିଲେ ଏବଂ ସାହିତ୍ୟର ବିଭିନ୍ନ ବିଭାଗ ଉପରେ ଆଧାରିତ ପ୍ରାୟ ଦଶରୁ ଉର୍ଦ୍ଧ ପୁସ୍ତକ ରଚନା କରିସାରିଛନ୍ତି ।