ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ମକର ସଂକ୍ରାନ୍ତି ଏକ ସର୍ବ ଭାରତୀୟ ପର୍ବ । ଏହି ପର୍ବକୁ ସମସ୍ତେ ଉତ୍ସାହର ସହିତ ପାଳନ କରନ୍ତି । ଭାରତ ବାହାରେ ରୋମାନ ଓ ଇହୁଦୀମାନେ ମଧ୍ୟ ଏହିପର୍ବ ପାଳନ କରନ୍ତି । ଭାରତର ବିଭିନ୍ନ ଅଞ୍ଚଳ ଅପେକ୍ଷା ଦକ୍ଷିଣ ଭାରତରେ ଏହା ସବୁଠାରୁ ବଡ଼ ପର୍ବ । ଦକ୍ଷିଣରେ ଏହାକୁ ପୋଙ୍ଗଲ ବୋଲି କହନ୍ତି । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ମକର ରାଶିରେ ପ୍ରବେଶ କରିଥାନ୍ତି । ସୌର ଗଣନା ଅନୁସାରେ ମକର ସଂକ୍ରାନ୍ତିକୁ ମକର ମାସର ପ୍ରଥମ ଦିନ ହିସାବରେ ଗ୍ରହଣ କରାଯାଏ । ସଂକ୍ରାନ୍ତି ହେଉଛି ସୂର୍ଯ୍ୟଙ୍କର ସଂକ୍ରମଣ ବା ଗୋଟିଏ ରାଶିରୁ ଅନ୍ୟ ରାଶିକୁ ଚଳନ କରିବାର ଦିନ । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ଧନୁ ରାଶିରୁ ମକର ରାଶିକୁ କ୍ରମଶଃ ଗମନ କରନ୍ତି । ଏହି ଦିନଠାରୁ ସୂର୍ଯଙ୍କର ଉତ୍ତରାୟଣ ଗତି ଆରମ୍ଭ ହୋଇଥାଏ ।
ବିଜୟଶ୍ରୀ ରାଉତରାୟ (ଜନ୍ମ: ୨୮ ଜୁଲାଇ ୧୯୫୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ବିଜୟଶ୍ରୀ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ତଥା ମନ୍ତ୍ରୀ ଭାବରେ କାର୍ଯ୍ୟ କରିଛନ୍ତି । ୧୯୯୦, ୧୯୯୫, ୨୦୦୦, ୨୦୦୪, ୨୦୦୯ ଓ ୨୦୧୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବାସୁଦେବପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୦ମ, ୧୧ଶ, ୧୨ଶ, ୧୩ଶ, ୧୪ଶ ଓ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ବ୍ୟକ୍ତିଗତ ଅର୍ଥବ୍ୟବସ୍ଥା ହେଉଛି ଏକ ପ୍ରକାରର ଆର୍ଥିକ ପରିଚାଳନା ଯେଉଁଥିରେ ଏକ ବ୍ୟକ୍ତି ବା ପରିବାର ନିଜର ଭବିଷ୍ୟତ ଜୀବନରେ ଘଟିବାକୁଥିବା ଘଟଣା ଆକଳନ କରି ଏବଂ ଆର୍ଥିକ ପରିସ୍ଥିତିକୁ ଦୃଷ୍ଟିରେ ରଖି କିପରି ଅର୍ଥ ଖର୍ଚ୍ଚ ବା ସଞ୍ଚୟ କରି ହେବ ତାହାର ଏକ ବଜେଟ ପ୍ରସ୍ତୁତ କରିଥାନ୍ତି । ଯୋଜନା ପ୍ରସ୍ତୁତି ସମୟରେ ବ୍ୟକ୍ତିଜଣକୁ ନିଜର ସୁବିଧାନୁସାରେ ବିଭିନ୍ନ ବ୍ୟାଙ୍କିଙ୍ଗ ପ୍ରଡକ୍ଟ (ସଞ୍ଚୟ ଖାତା, କ୍ରେଡିଟ କାର୍ଡ, ଖାଉଟି ଋଣ) କିମ୍ବା ଇକ୍ୱିଟିରେ ନିବେଶ (ଶେୟାର ବଜାର, ମ୍ୟୁଚୁଆଲ ଫଣ୍ଡ, ବଣ୍ଡ ) ଏବଂ ବୀମା ପ୍ରଡକ୍ଟ (ଜୀବନ ବୀମା, ସ୍ୱାସ୍ଥ୍ୟ ବୀମା, ବିକଳାଙ୍ଗ ବୀମା) କିମ୍ବା ଚାକିରିରୁ ମିଳୁଥିବା ଅବସର ଯୋଜନା ସୁବିଧା ଏବଂ ଆୟକର ପରିଚାଳନାଆଦିକୁ ଦେଖିକରି ଯୋଜନା ପ୍ରସ୍ତୁତ କରିବାକୁ ପଡ଼ିଥାଏ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ମାତୃ ମୃତ୍ୟୁ (ଇଂରାଜୀ ଭାଷାରେ Maternal death ବା maternal mortality) ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନଦ୍ୱାରା ସଂଜ୍ଞାକରଣ କରାଯାଇଛି:- ଗର୍ଭାବସ୍ଥାରେ ବା ଗର୍ଭ ସମାପ୍ତି ପରଠାରୁ ୪୨ ଦିନ ପର୍ଯ୍ୟନ୍ତ ମହିଳାର ଗର୍ଭକାଳ, ଗର୍ଭର ସ୍ଥାନ, ଯେ କୌଣସି ଗର୍ଭ କାରଣରୁ ଅବସ୍ଥାର ଅବନତି ବା ଏହାର ଚିକିତ୍ସା ଇତ୍ୟାଦି କାରଣମାନଙ୍କ ଯୋଗୁ ମୃତ୍ୟୁ ହେଲେ ତାହାକୁ ମାତୃ ମୃତ୍ୟୁ କୁହାଯିବ କିନ୍ତୁ ଦୁର୍ଘଟଣା ବା ସମସାମୟିକ କାରଣରୁ ନୁହେଁ ।ଡବ୍ଲ୍ୟୁଏଚଓର ଏହି ସଂଜ୍ଞାରେ ଗର୍ଭ ସମାପ୍ତି ପରେ ସମୟ ଅବଧିକୁ ସିଡିସି ଏକ ବର୍ଷ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି ।ଇଂରାଜୀ ଭାଷାରେ ମ୍ୟାଟରନାଲ ମର୍ଟାଲିଟି ରେଟ୍ (ମାତୃ ମୃତ୍ୟୁ ହାର) ଓ ମ୍ୟାଟରନାଲ ମର୍ଟାଲିଟି ରେସିଓ (maternal mortality ratio - ମାତୃ ମୃତ୍ୟୁ ଅନୁପାତ) ସୂଚକ ଦୁଇଟିକୁ ଏମଏମଆର ("MMR") ଭାବରେ ବ୍ୟବହାର କରାଯାଏ ଯାହା ଦ୍ୱନ୍ଦ୍ୱ ସୃଷ୍ଟି କରେ । ୧୯୯୦ ମସିହାରୁ ୨୦୧୭ ମସିହା ସୁଦ୍ଧା ମାତୃ ମୃତ୍ୟୁ ହାର ୪୪% କମିଯାଇଛି କିନ୍ତୁ ପ୍ରତି ଦିନ ୮୩୦ ଜଣ ମହିଳ ଗର୍ଭ ଓ ଶିଶୁଜନ୍ମ କାରଣରୁ ମୃତ୍ୟୁ ମୁଖରେ ପତିତ ହେଉଛନ୍ତି । ମିଳିତ ଜାତିସଂଘ ଜନସଂଖ୍ୟା ଫଣ୍ଡ (UNFPA) ଦ୍ଵାରା ୨୦୧୭ ମସିହାରେ ପ୍ରକାଶିତ ରିପୋର୍ଟ ଅନୁସାରେ ଜଣେ ମହିଳା ପ୍ରତି ଦୁଇ ମିନିଟରେ ଓ ମୃତ୍ୟୁ ବରଣ କରୁଥିବା ପ୍ରତ୍ୟେକ ମହିଳା ୨୦-୩୦ ସଂଖ୍ୟକ ଜଟିଳ ସମସ୍ୟାର ସମ୍ମୁଖୀନ ହୁଅନ୍ତି ବା ଦୀର୍ଘକାଳୀନ କୁଫଳ ପ୍ରାପ୍ତ ହୁଅନ୍ତି । ଏମାନଙ୍କ ମଧ୍ୟରୁ ଅଧିକାଂଶ ସମସ୍ୟାର ପ୍ରତିଷେଧ ହୋଇପାରିବ ।୨୦୧୫ ମସିହାରେ ସର୍ବମୋଟ ୩୦୩୦୦୦ ମହିଳା ପ୍ରସବ ବା ଗର୍ଭାବସ୍ଥାଜନିତ ସମସ୍ୟାରୁ ମୃତ୍ୟୁବରଣ କରିଥିବା ମିଳିତ ଜାତିସଂଘ ଜନସଂଖ୍ୟା କୋଷ ପ୍ରକାଶ କରିଥିଲା । ଏଥିରୁ କିଛି କାରଣ ଯଥା – ପ୍ରସବ ପରବର୍ତ୍ତୀ ରକ୍ତସ୍ରାବ ଓ ପ୍ରସବ ବାଧାପ୍ରାପ୍ତ ହେବା ଇତ୍ୟାଦି ଅବସ୍ଥାର ପ୍ରତିରୋଧ ସମ୍ଭବପର । ବହୁ ମହିଳାମାନଙ୍କୁ ପରିବାର ନିୟୋଜନ ଓ ପ୍ରସବ ଯତ୍ନ ସମ୍ପର୍କୀୟ ସୁବିଧା ଉପଲବ୍ଧ ହୋଇପାରିଥିବାରୁ ବିଶ୍ଵ ସ୍ତରରେ ମାତୃ ମୃତ୍ୟୁ ହାର ଯଥେଷ୍ଟ ପରିମାଣରେ ହ୍ରାସ ପାଇଛି । ୧୯୯୦ ମସିହାରେ ଲକ୍ଷେ ପ୍ରସବରେ ୩୮୫ଟି ମାତା ମୃତ୍ୟୁମୁଖରେ ପଡ଼ୁଥିଲେ, କିନ୍ତୁ ୨୦୧୫ ମସିହା ବେଳକୁ ଲକ୍ଷେ ପ୍ରସବରେ ଏହି ସଂଖ୍ୟା ୨୧୬କୁ ହ୍ରାସ ପାଇଛି । ବିଗତ ଦଶ ବର୍ଷରେ ଅନେକ ଦେଶ ଏହି ମୃତ୍ୟୁ ହାରକୁ ୫୦% କମାଇବାରେ ସଫଳ ହୋଇପାରିଛନ୍ତି ।ମାତୃ ମୃତ୍ୟୁ ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଇ ଏହି ହାର ହ୍ରାସ ପାଇଛି ସତ, କିନ୍ତୁ ଅବିକଶିତ ଓ ଗରିବ ଦେଶମାନଙ୍କରେ ଏହି ଦିଗରେ ବହୁ ମାତ୍ରାରେ ଉନ୍ନତି ଆବଶ୍ୟକ । ଏସିଆ ଓ ଆଫ୍ରିକା ମହାଦେଶର ଅବିକଶିତ ଦେଶମାନଙ୍କର ମାତୃ ମୃତ୍ୟୁ ହାର ସମଗ୍ର ବିଶ୍ଵର ମାତୃ ମୃତ୍ୟୁ ହାରର ୮୫% । ମାତାଙ୍କ ମୃତ୍ୟୁର ପ୍ରଭାବ ପରିବାର ଉପରେ ମଧ୍ୟ ପଡ଼ିଥାଏ । ଯଦିଓ କିଛି ଶିଶୁ ଗର୍ଭରୁ ଜୀବିତ ବାହାରିବାରେ ସଫଳ ହୁଅନ୍ତି, କିନ୍ତୁ ସେମାନେ ଦୁଇ ବର୍ଷ ମଧ୍ୟରେ ମୃତ୍ୟୁବରଣ କରିବାର ସମ୍ଭାବନା ଅଧିକ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏହି ଦିନଟିକୁ ସାଧାରଣତନ୍ତ୍ର ଦିବସ ରୂପେ ପାଳନ କରାଯାଏ । ସାଧାରଣତନ୍ତ୍ର ଦିବସରେ ରାଷ୍ଟ୍ରପତି ରାଜଧାନୀ ଦିଲ୍ଲୀର ଲାଲକିଲ୍ଲା ଦୁର୍ଗଠାରେ ଜାତୀୟ ପତାକା ଉତ୍ତୋଳନ କରି ଭାରତୀୟ ସାମରିକ ବାହିନୀ,ଅର୍ଦ୍ଧ ସାମରିକ ବାହିନୀ,ପୁଲିସ ବାହିନୀ ଓ ଦେଶର ବିଭିନ୍ନ ଅଂଚଳରୁ ଆସିଥିବା କ୍ୟାଡେଟ ମାନଙ୍କଠାରୁ ପ୍ୟାରେଡ଼ ଅଭିବାଦନ ଗ୍ରହଣ କରନ୍ତି ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ପରିବାର ନିୟୋଜନ (ଇଂରାଜୀ ଭାଷାରେ Family planning) ସଂଜ୍ଞା:- "ବ୍ୟାପକ ଶିକ୍ଷା, ଡାକ୍ତରୀ ବା ସାମାଜିକ କାର୍ଯ୍ୟକଳାପ ସାହାଯ୍ୟରେ ନାବାଳିକ ସହିତ ବ୍ୟକ୍ତିମାନଙ୍କୁ ତାଙ୍କର ସନ୍ତାନ ସଂଖ୍ୟା ଓ ସେମାନଙ୍କ ମଧ୍ୟରେ ଅନ୍ତର ଓ ମାଧ୍ୟମ ବାଛିବା କ୍ଷମତାକୁ ପରିବାର ନିୟୋଜନ କୁହାଯାଏ ।" ଏହା ସହିତ ମହିଳାକୁ ଜନ୍ମ କରିବା ପିଲା ସଂଖ୍ୟା, ପିଲା ଜନ୍ମ କରିବାର ବୟସ, ଆଦୌ ପିଲା ଜନ୍ମ ନକରିବା ମଧ୍ୟ ପରିବାର ନିୟୋଜନ ମଧ୍ୟରେ ଆସେ । ବିବାହ ପରିସ୍ଥିତି, ପେଷାଗତ ବିଚାର, ଅର୍ଥନୈତିକ ସ୍ଥିତି ଓ ପଙ୍ଗୁତ୍ୱ ଭଳି ବାହ୍ୟ କାରକମାନ ଶିଶୁ ଜନ୍ମ ଓ ଲାଳନ ପାଳନ କରିବା ଦାୟୀତ୍ୱକୁ ଏହା ପ୍ରଭାବିତ କରେ । ଯୌନ ସକ୍ରିୟ ଥିଲେ ଜନ୍ମ ନିୟନ୍ତ୍ରଣ କରିବା ଉପାୟ ଓ ପ୍ରଜନନ (reproduction) ସମୟ ଓ ଜନ୍ମ ନିୟନ୍ତ୍ରଣ ଉପାୟମାନ ବିଚାର କରିବାକୁ ମଧ୍ୟ ପରିବାର ନିୟୋଜନ କୁହାଯାଏ ।ଅନ୍ୟ ଦିଗରେ ପରିବାର ନିୟଜନ ମଧ୍ୟରେ ଯୌନ ଶିକ୍ଷା (sex education), ଯୌନ କ୍ରିୟା ସଞ୍ଚାରିତ ରୋଗ ସମୂହର ଚିକିତ୍ସା ଓ ପ୍ରତିଷେଧ, ପ୍ରାକ୍-ଗର୍ଭାଧାନ ପରାମର୍ଶ (pre-conception counseling) ଗର୍ଭାବସ୍ଥା ଉପଚାର ଓ ବନ୍ଧ୍ୟା ଚିକିତ୍ସା (infertility) ପ୍ରତି ମଧ୍ୟ ଧ୍ୟାନ ଦିଆଯାଏ । କେବଳ ଗର୍ଭଧାରଣ ସେବାରେ ପରିବାର ନିୟୋଜନକୁ ସଂଲଗ୍ନ କରାଯେ ଗର୍ଭପାତକୁ ନୁହେଁ । କିନ୍ତୁ ଜନ୍ମ ନିରୋଧ ଓ ପରିବାର ନିୟୋଜନ କଲେ ଗର୍ଭପାତ ସଙ୍କଟ କମିଯାଏ ।ପରିବାର ନିୟୋଜନକୁ ବେଳେ ବେଳେ ଭୁଲରେ ଗର୍ଭନିରୋଧ (contraception) ଅର୍ଥରେ ବ୍ୟବହାର କରାଯାଏ । ଗର୍ଭନିରୋଧ ସହିତ ତାହାର ଉପାୟ ଓ ଅଭ୍ୟାସ ନିୟୋଜନ ମଧ୍ୟରେ ଯାଏ । ଅଧିକନ୍ତୁ ଅନେକ ଗର୍ଭନିରୋଧ କରିବାକୁ ଇଚ୍ଛା କରନ୍ତି, ନିୟୋଜନ ନୁହେଁ ଓ ଏହି ଦଳରେ ଅବିବାହିତ ଯୁବକ ଯୁବତୀ, ଯୁବାବସ୍ଥାର ବିବାହିତ ଯୋଡ଼ି, ପେଷା ପ୍ରତି ଧ୍ୟାନ ଦେବାକୁ ଗର୍ଭାଧାନ ବିଳମ୍ବିତ କରିବା ଲୋକ ଅଛନ୍ତି; ଏହି ଦିଗରେ ଅନେକ କାମ କରାଯାଇଛି । ଅଧୁନା ମହିଳା ଓ ତାହାର ଶିଶୁ ଗର୍ଭଧାରଣ ନିର୍ଣ୍ଣୟ ବିଷୟକୁ ପରିବାର ନିୟୋଜନ ପରିପ୍ରେକ୍ଷୀରେ ନିଆଯାଉଛି ଓ ପୃଥିବୀର ଅନେକ ଦେଶମାନଙ୍କରେ ପ୍ରଜନନ ସ୍ୱଇଚ୍ଛାକୁ ଅଗ୍ରାଧିକାର ଦିଆଯାଉଛି । ସାଧାରଣତଃ ପରିବାର ନିୟୋଜନରେ ଦମ୍ପତ୍ତିଙ୍କର ସୀମିତ ଶିଶୁ ସଂଖ୍ୟା ଓ ଗର୍ଭାଧାନର ସମୟ ନିୟନ୍ତ୍ରଣ କରିବା ପ୍ରଥାକୁ ଜନ୍ମ ଅନ୍ତର ବା ଶିଶୁ ଅନ୍ତର (spacing children) କୁହାଯାଉଛି ।
ପିଚାଇ ସୁନ୍ଦରରାଜନ୍ (ଜନ୍ମ ଜୁଲାଇ ୧୨,୧୯୭୨) ବର୍ତ୍ତମାନର ଗୁଗଲ କମ୍ପାନିର ସି.ଇ.ଓ । ଗୁଗଲ କମ୍ପାନି ଗୋଟେ ଇଣ୍ଟରନେଟ ସମ୍ପକିତ ସେବା ଓ ସଚ୍ଚ ଇଞ୍ଜିନ୍ ଯିଏ ୨୦୧୫ ମସିହାରେ ମିଳିତ ଭାବେ ଆଲ୍ପାବେଟ୍ ଇନ୍ସ୍ କମ୍ପାନି ସହ ମିଶି ଗୁଗଲର ମୁଖ୍ୟ ଲାରି ପେଜ୍ଙ୍କୁ ସି.ଇ.ଓ ଓ ସର୍ଜି ବ୍ରିନ୍ଙ୍କଙ୍କୁ ପେସିଡେଣ୍ଟ ଓ ସୁନ୍ଦର ପିଚାଇ ଯିଏ ପ୍ରଡକ୍ଟ ଓ ଇଞ୍ଜିନିୟରିଙ୍ଗର ମୁଖ୍ୟ ଥିଲେ ତାଙ୍କୁ ଗୁଗଲର ସି.ଇ.ଓ କରାଗଲା ଯିଏକି ଗୋଟେ ବଡ କମ୍ପାନି ଆଲଫାବେଟର ଗୋଟେ ଅଂଶ । ପିଚାଇ ୨୦୦୪ ମସିହାରେ ଗୁଗଲରେ ଯୋଗ ଦେଲେ,ପ୍ରଡକ୍ଟ ମ୍ୟନେଜର ହିସାବରେ କାମ କଲେ । ତାଙ୍କର ଅନୁଦାନରେ ଗୁଗଲ ପ୍ରଡକ୍ଟୄଋ ଗୁଗଲ କୋମ୍ ଓ କୋମ୍ ଓସ୍ ଯିଏ କି ବହୁତ ସଫଳତା ସହ ଚାଲୁଅଛି ଏବଂ ତାଙ୍କର ଜିମେଲ୍ ଓ ଗୁଗଲ ଡକ୍ରେ ବି ଅନୁଦାନ ଅଛି ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ଜଗନ୍ନାଥ ଦାସ (1487-1547) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଜନନୀ ସୁରକ୍ଷା ଯୋଜନା (JSY) ଭାରତ ସରକାରଙ୍କର ଏକ ଯୋଜନା ଯାହା ୨୦୦୫ ଅପ୍ରେଲ ୧୨ରେ ଭାରତର ପ୍ରଧାନମନ୍ତ୍ରୀଙ୍କଦ୍ୱାରା ଉଦ୍ଘାଟନ କରାଯାଇଥିଲା । ଏକ ନିରାପଦ ପ୍ରସବ ଯୋଜନା, ରାଷ୍ଟ୍ରୀୟ ଗ୍ରାମ୍ୟ ସ୍ୱାସ୍ଥ୍ୟ ମିଶନ (NRHM) ଅଧିନରେ କାର୍ଯ୍ୟକାରୀ ହେଉଛି । ଏହା ୧୦୦ ପ୍ରତିଶତ କେନ୍ଦ୍ରୀୟ ଅନୁଦାନ ପ୍ରାପ୍ତ ଯୋଜନା । ଏହି ଯୋଜନାରେ ସରକାରୀ ଡାକ୍ତରଖାନାରେ ବିନା ଖର୍ଚ୍ଚରେ ପ୍ରସବ, ଜନ୍ମ ପରବର୍ତ୍ତୀ ଯତ୍ନ ସହିତ ଆର୍ଥିକ ସହାୟତା ସୁବିଧା ମଧ୍ୟ ମିଳିଥାଏ ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ୱାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ଲରେନ୍ସ ଲାରି ପେଜ (୨୬/0୩/୧୯୭୩) ଜଣେ ଆମେରିକାର କମ୍ପୁଟର ବିଜ୍ଞାନୀ ଓ ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର ଗୁଗଲ ଓ ଆଲ୍ଫାବେଟ ଆଇ.ଏନ.ସିର ଉଦ୍ଭାବକ ।୧୯୯୬ରେ ଷ୍ଟାନ୍ଫୋର୍ଡ଼୍ ବିଶ୍ୱବିଦ୍ୟାଳୟର ଦୁଇ ଛାତ୍ର ଲାରି ପେଜ୍ ଓ ସର୍ଜି ବ୍ରିନ୍ଙ୍କଦ୍ୱାରା ଗୁଗଲ ଆରମ୍ଭ ହୋଇଥିଲା । କାଲିଫର୍ନିଆର ମେନ୍ଲୋ ପାର୍କରେ ଥିବା ଜଣେ ବନ୍ଧୁଙ୍କ ଗ୍ୟାରେଜ୍ରେ ୭ ସେପ୍ଟେମ୍ବର, ୧୯୯୮ରେ ଗୁଗଲ କମ୍ପାନୀରେ ପରିଣତ ହେଲା । ୧୯୯୯ ଫେବୃଆରୀରେ କାଲିଫର୍ନିଆର ପାଲୋ ଆଲ୍ଟୋକୁ କମ୍ପାନୀ ସ୍ଥାନାନ୍ତରିତ ହେଲା । ଏହାର ବର୍ଷେ ପରେ 'ଗୁଗଲ୍ପ୍ଲେକ୍ସ' ନାମକ ସ୍ଥାନକୁ ଏହା ଅଣାଗଲା । ସେପ୍ଟେମ୍ବର ୨୦୦୧ରେ ଗୁଗଲର ପୃଷ୍ଟା ତଉଲ (PageRank) ପଦ୍ଧତିକୁ ଆମେରିକୀୟ ପେଟେଣ୍ଟ ମିଳିଲା । ଜୁଲାଇ ୨୦୧୫ରେ ସେ ଆଲ୍ଫାବେଟ୍ ଇନ୍ସ୍ର ସି.ଇ.ଓ ହେଲେ । ପେଜ୍ XPRIZE ସଙ୍ଗଠନର ସଦସ୍ୟ ଭାବେ କାର୍ଯ୍ୟ କରୁଥିବା ବେଳେ ୨୦୦୪ରେ National Academy of Engineeringର ମୁଖ୍ୟ ସଦସ୍ୟ ଭାବେ ନିର୍ବାଚିତ ହେଲେ । ପେଜ୍ ୨୦୦୪ରେ ମାର୍କୋନୀ ପୁରସ୍କାର ଜିତିଥିଲେ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ପ୍ରମିଳା ମଲ୍ଲିକ (ଜନ୍ମ: ୪ ମାର୍ଚ୍ଚ ୧୯୬୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ୧୯୯୦ ମସିହାରେ ସେ ଓଡ଼ିଶା ବିଧାନ ସଭାର ୧୦ମ ସଭାକୁ ଜନତା ଦଳର ପ୍ରତିନିଧି ଭାବରେ ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ପ୍ରଥମ ଥର ପାଇଁ ନିର୍ବାଚିତ ହୋଇଥିଲେ । ପରବର୍ତ୍ତୀ ସମୟରେ ସେ ପୁଣିଥରେ ୨୦୦୦ ମସିହା ଓଡ଼ିଶା ସାଧାରଣ ନିର୍ବାଚନରେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ସେହି ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ଏହାପରେ ସେ ଲଗାତାର ୨୦୦୪ ମସିହାରେ ୧୩ଶ, ୨୦୦୯ ମସିହାରେ ୧୪ଶ ଏବଂ ୨୦୧୪ ମିସିହାରେ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ପ୍ରମିଳା ପ୍ରଥମଥର ପାଇଁ ୨୦୦୪ ମସିହାରେ ୧୩ଶ ଓଡ଼ିଶା ବିଧାନ ସଭାର ମନ୍ତ୍ରୀମଣ୍ଡଳରେ ମନ୍ତ୍ରୀ ହୋଇଥିଲେ । ସେ ମହିଳା ଓ ଶିଶୁ ବିକାଶ ବିଭାଗର ମନ୍ତ୍ରୀ ଥିଲେ ।
ଶାନ୍ତନୁ ଆଚାର୍ଯ୍ୟ ଜଣେ ଖ୍ୟାତନାମା ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ପଶ୍ଚିମବଙ୍ଗର କଲିକତାଠାରେ ୧୫ ମଇ ୧୯୩୩ ମସିହାରେ ଜନ୍ମ ଲାଭ କରିଥିଲେ । ଶାନ୍ତନୁ ପ୍ରଥମେ ସମ୍ବଲପୁରର ଓରିଏଣ୍ଟ କାଗଜ କଳରେ କେମିଷ୍ଟ ଭାବେ ବୃତ୍ତିଗତ ଜୀବନ ଆରମ୍ଭ କରିଥିଲେ । କମ୍ପାନୀ କର୍ତ୍ତୃପକ୍ଷଙ୍କ ସହ ମନାନ୍ତର ହେବା ପରେ ୧୯୫୮ ମସିହା ଜାନୁଆରୀ ୩ତାରିଖରେ ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମହାବିଦ୍ୟାଳୟ, ପାରଳାଖେମୁଣ୍ଡିର ରସାୟନ ବିଭାଗରେ ଅଧ୍ୟାପକ ଭାବେ ଯୋଗ ଦେଇଥିଲେ । ତା'ଙ୍କ ସହ ସେହି ଦିନ ମହାପାତ୍ର ନୀଳମଣି ସାହୁ ମଧ୍ୟ ଓଡ଼ିଆ ବିଭାଗର ଅଧ୍ୟାପକ ଭାବେ ସେହି ମହାବିଦ୍ୟାଳୟରେ କାର୍ଯ୍ୟାରମ୍ଭ କରିଥିଲେ ।
ଚାଖି ଖୁଣ୍ଟିଆ (୧୮୨୭ - ୧୮୭୦) ଓଡ଼ିଶାର ପୁରୀରେ ଜନ୍ମିତ ଜନୈକ ବଳଶାଳୀ ସ୍ୱାଧୀନଚେତା ବ୍ରାହ୍ମଣସେବକ । ସେ ୧୮୨୭ ମସିହା ଶାମ୍ବ ଦଶମୀ ଦିନ ଜନ୍ମ ଗ୍ରହଣ କରିଥିଲେ । ଖୁଣ୍ଟିଆଙ୍କର ଶାରୀରିକ ବଳ ଅସାଧାରଣ ଥିଲା । ସେ ନେପାଳୀମାନଙ୍କ ପଣ୍ଡା ଥିଲେ ୧୮୫୭ ମସିହାରେ ଭାରତର ସିପାହୀ ବିଦ୍ରୋହବେଳେ ଏ ଉତ୍ତରପଶ୍ଚିମାଞ୍ଚଳର ହିନ୍ଦୁ ନେପାଳୀ ସୈନ୍ୟଙ୍କୁ ଇଂରେଜମାନଙ୍କ ବିପକ୍ଷରେ ଉତ୍ତେଜିତ କରି ଥିଲେ । ଏ ଶେଷକୁ ଧରାପଡ଼ି ଦଣ୍ଡ ପାଇଥିଲେ ।
ପାଣିପାଗ (ଇଂରାଜୀ ଭାଷାରେ Weather) ବାୟୁମଣ୍ଡଳର (atmosphere) ଏକ ଅବସ୍ଥାକୁ ବୁଝାଏ ଯେଉଁଥିରୁ ପାଗ କେତେ ଡିଗ୍ରୀ ଗରମ ବା ଥଣ୍ଡା, ଓଦା ବା ଶୁଷ୍କ, ଶାନ୍ତ ବା ତୋଫାନୀ, ପରିଷ୍କାର ବା ମେଘୁଆ ରହିବ, ତାହାର ବର୍ଣ୍ଣନା ମିଳେ । ଅଧିକାଂଶ ପାଗ ପରିବର୍ତ୍ତନ ବାୟୁମଣ୍ଡଳର ସ୍ଟ୍ରାଟୋସ୍ଫିଅରର (stratosphere) ଠିକ୍ ତଳ ଭାଗରେ ଥିବା ଟ୍ରୋଫୋସ୍ଫିଅରରେ (troposphere) ହୁଏ । ଦୈନନ୍ଦିନ ଉତ୍ତାପ ଓ ପ୍ରେସିପିଟେସନ (precipitation) କାର୍ଯ୍ୟକଳାପକୁ ପାଣିପାଗ କୁହାଯାଏ ଓ ଦୀର୍ଘ ସମୟରେ ପାଗର ହାରାହାରି ଅବସ୍ଥାକୁ ଜଳବାୟୁ (climate) କୁହାଯାଏ । ନିର୍ଦ୍ଧିଷ୍ଟ ଭାବରେ କୌଣସି ବିଷୟର ଅବତାରଣା ନଥିଲେ ପାଣିପାଗକୁ ପୃଥିବୀର (Earth) ପାଣିପାଗ ବୁଝାଏ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ .
ଭାରତର ସଂସ୍କୃତି, ବହୁ ଉପାଦାନରେ ଗଢ଼ା, ଯେଉଁଥିରେ ଭାରତର ଦୀର୍ଘ ଇତିହାସ , ଅଦ୍ୱିତୀୟ ଭୂଗୋଳ ଏବଂ ସିନ୍ଧୁ-ଘାଟୀର ପ୍ରାଚୀନ ସଭ୍ୟତା ସାମିଲ । ଏହାଛଡ଼ା ବୈଦିକ ଯୁଗରେ ପ୍ରଭାବ , ଭାରତରେ ବୌଦ୍ଧ ଧର୍ମ , ସ୍ୱର୍ଣ୍ଣ ଯୁଗର ଆରମ୍ଭ ଏବଂ ତାହାର ଅସ୍ତଗମନ ସହିତ ଆମର ନିଜ ପ୍ରାଚୀନ ସାମ୍ରାଜ୍ୟ ମଧ୍ୟ ସାମିଲ ହୋଇଛି । ଏହା ସହିତ ପଡୋଶୀ ଦେଶର ଚାଲିଚଳନ , ପରମ୍ପରା ଏବଂ ବିଚାରର ମଧ୍ୟ ଏଥିରେ ସମାବେଶ ହୋଇଛି । ପାଞ୍ଚ ହଜାର ବର୍ଷ ପୂର୍ବରୁ ଅଧିକ ସମୟରେ ଭାରତର ରୀତି ନିତି , ଭାଷା , ପ୍ରଥା ଏବଂ ପରମ୍ପରା ପରସ୍ପର ସମ୍ବନ୍ଧରେ ମହାନ ବିବିଧତାର ଏକ ଅଦ୍ୱିତୀୟ ଉଦାହରଣ ଦେଇଥାଏ । ଭାରତ ବହୁ ଧାର୍ମିକ ପ୍ରଣାଳୀ (religious systems), ଯେପରି ହିନ୍ଦୁ ଧର୍ମ , ଜୈନ ଧର୍ମ , ବୌଦ୍ଧ ଧର୍ମ ଏବଂ ଶିଖ ଧର୍ମ ପରି ଧର୍ମ ମାନଙ୍କର ଜନକ ଅଟେ । ଏହି ମିଶ୍ରଣରେ ଭାରତରେ ଉତ୍ପନ୍ନ ହେଉଥିବା ବିଭିନ୍ନ ଧର୍ମ ଏବଂ ପରମ୍ପରା ବିଶ୍ୱର ଅଲଗା-ଅଲଗା ଅଂଶକୁ ମଧ୍ୟ ବହୁ ପ୍ରଭାବିତ କରିପାରିଛି ।
ମଧୁସୂଦନ ପାଣିଗ୍ରାହୀ (ଜନ୍ମ: ୧ ଜାନୁଆରୀ ୧୯୪୮) ଜଣେ ଓଡ଼ିଆ ରାଜନୀତିଜ୍ଞ । ମଧୁସୂଦନ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୮୫ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବାସୁଦେବପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଶ୍ରୀ ସତ୍ୟ ସାଇ ବାବା (ତେଲୁଗୁ: సత్య సాయిబాబా) (ଜନ୍ମ: ୨୩ ନଭେମ୍ବର ୧୯୨୬ ; ମୃତ୍ୟୁ: ୨୪ ଅପ୍ରେଲ ୨୦୧୧), ଶ୍ରୀ ସତ୍ୟ ସାଇ ବାବା (ଜନ୍ମ ନାମ - ସତ୍ୟ ନାରାୟଣ ରାଜୁ) ୨୩ ନଭେମ୍ବର ୧୯୨୬ ତାରିଖରେ ଆନ୍ଧ୍ର ପ୍ରଦେଶ ରାଜ୍ୟର ପୁଟ୍ଟପର୍ତି ଗ୍ରାମରେ ଜନ୍ମ ନେଇଥିଲେ । ବିଶ୍ୱ ସାରା ତାଙ୍କର ବହୁତ ଭକ୍ତ ଅଛନ୍ତି । ଭକ୍ତମାନେ ବାବାଙ୍କୁ ଶ୍ରୀ ସିରଡ଼ି ସାଈ ବାବାଙ୍କ ଅବତାର ମାନନ୍ତି । ବାବା ୨୪ ଅପ୍ରେଲ ୨୦୧୧ ତାରିଖରେ ଦେହତ୍ୟାଗ କରିଥିଲେ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଭାରତୀୟ ମହାକାଶ ଗବେଷଣା ସଂସ୍ଥା ବା ଇସ୍ରୋ ହେଉଛି ଭାରତ ସରକାରଙ୍କ ପ୍ରମୁଖ ମହାକାଶ ପ୍ରାଧିକରଣ । ଏହା ପୃଥିବୀର ଛଅଟି ବଡ ସରକାରୀ ମହାକାଶ ପ୍ରାଧିକରଣ ମଧ୍ୟରୁ ଅନ୍ୟତମ ଯଥା: ଆମେରିକାର ନାସା (NASA), ଋଷିଆର RKA, ଇଉରୋପର ଇସା (ESA), ଚୀନର ସିନସଏ (CNSA) ଓ ଜାପାନର JAXA । ଏହି ସଂଗଠନର ମୂଳ ଉଦ୍ଦେଶ୍ୟ ହେଲା - ମହାକାଶ ତଥା ଗ୍ରହଜଗତ ସମ୍ବନ୍ଧରେ ତାତ୍ତ୍ୱିକ ଗବେଷଣା, ଅତ୍ୟାଧୁନିକ ମହାକାଶୀୟ ପ୍ରଯୁକ୍ତି ବିଦ୍ୟାର ଉନ୍ନତିକରଣ ଓ ଦେଶର ଉନ୍ନତିରେ ମହାକାଶର ପ୍ରୟୋଗ ।ଏହା ୧୯୬୯ରେ ପ୍ରତିଷ୍ଠା ହୋଇଥିଲା । ଭାରତୀୟ ରାଷ୍ଟ୍ରୀୟ ଅନ୍ତରୀକ୍ଷ ଅନୁସନ୍ଧାନ ସମିତି (INCOSPAR) ବଦଳରେ ସ୍ଥାପିତ ହୋଇଥିଲା । ଇସ୍ରୋ ମୁଖ୍ୟ କାର୍ଯାଳୟ ବାଙ୍ଗାଲୋରଠାରେ ଅବସ୍ଥିତ । ଏହା ଭାରତ ସରକାରଙ୍କ ମହାକାଶ ବିଭାଗ ଅନ୍ତର୍ଗତ ଅଟେ, ଯାହାକି ବର୍ତମାନ ପ୍ରଧାନମନ୍ତ୍ରୀଙ୍କ ଅଧୀନରେ କାର୍ଯ୍ୟ କରୁଅଛି । ଇସ୍ରୋକୁ ପ୍ରତିଷ୍ଠା କରିବାରେ ଡକ୍ଟର ବିକ୍ରମ ଅମ୍ବାଲାଲ୍ ସରାଭାଇଙ୍କର ଉଲ୍ଲେଖନୀୟ ଯୋଗଦାନ ଓ ଆପ୍ରାଣ ପ୍ରଚେଷ୍ଟା ଯୋଁଗୁ ତାଙ୍କୁ ଭାରତୀୟ ମହାକାଶ କାର୍ଯ୍ୟକ୍ରମର ଜନକ ବୋଲି କୁହାଯାଏ ।
ସମୁଦ୍ର ହେଉଛି ଲୁଣିଆ ପାଣିର ସମନ୍ୱୟ, ଯାହାକି ସ୍ଥଳଭାଗଦ୍ୱାରା ସମ୍ପୂର୍ଣ୍ଣ ଭାବେ କିମ୍ବା ଆଂଶିକ ଭାବେ ଆବଦ୍ଧ ହୋଇଥାଏ । ପୃଥିବୀର ପାଣିପାଗ, ଅଙ୍ଗାରକ ଚକ୍ର, ଯବକ୍ଷାରଯାନ ଓ ଜଳ ଚକ୍ରକୁ ସନ୍ତୁଳିତ ରଖିବାରେ ସମୁଦ୍ରର ଭୂମିକା ରାହିଅଛି । ପୃଥିବୀର ଏହି ସମୁଦ୍ରକୁ ପାଞ୍ଚଟି ମହାସାଗରରେ ବିଭକ୍ତ କରାଯାଇଛି । ସେଗୁଡିକ ହେଉଛି, ପ୍ରଶାନ୍ତ ମହାସାଗର, ଭାରତ ମହାସାଗର, ଆଟ୍ଲାଣ୍ଟିକ ମହାସାଗର, ଆରବ ମହାସାଗର, ଦକ୍ଷିଣ ମହାସାଗର । ବର୍ତ୍ତମାନର ସମୟରେ, ପୃଥିବୀର ଉପର ଅଧା ଅଂଶ ପ୍ରାୟ ସମାନ ଭାବରେ ସ୍ଥଳ ଭାଗ ଏବଂ ଜଳ ଭାଗ ମଧ୍ୟରେ ବିଭକ୍ତ ହୋଇ ରହି ଅଛି (୨:୩ ଅନୁପାତ) । କିନ୍ତୁ ଦକ୍ଷିଣରେ ଥିବା ଅଧା ଅଂଶ ସମୁଦ୍ରରେ ପୂର୍ଣ୍ଣ ହୋଇରହିଅଛି ।
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
କ୍ରିଏଟିଭ କମନ୍ସ(ସିସି) ଏକ ଆମେରିକୀୟ ଅଣଲାଭକାରୀ ସଂସ୍ଥା ଯାହା ରଚନାତ୍ମକ କାମକୁ ଆଇନଗତ ଭାବେ ବାଣ୍ଟିବା ଓ ବ୍ୟବହାର କରିବାରେ ସାହାୟତା କରେ । ଏହି ସଂସ୍ଥା କପିରାଇଟ ଲାଇସେନ୍ସ ରୂପରେ କ୍ରିଏଟିଭ କମନ୍ସ ଲାଇସେନ୍ସ ବା ସିସି ଲାଇସେନ୍ସ ପ୍ରକାଶିତ କରିଛି ଯାହା ନିଶୁଳ୍କ ଭାବେ ବ୍ୟବହାର କରିହେବ। ଏହି ଲାଇସେନ୍ସ ସ୍ରଷ୍ଠାକୁ କିଛି ଅଧିକାର ରଖିବାରେ ସାହାୟତା କରେ । ସହଜରେ ବ୍ୟବହାରକାରୀକୁ ଲାଇସେନ୍ସ ବିଷୟରେ ବୁଝେଇବା ପାଇଁ କିଛି ପ୍ରତୀକ ମଧ୍ୟ ବ୍ୟବହାର କରାଯାଏ । କ୍ରିଏଟିଭ କମନ୍ସ କପିରାଇଟର ଅନ୍ୟ ରୁପ ନୁହଁ କିନ୍ତୁ ତା ଉପରେ ଆଧାରିତ ଅଟେ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ନିଗମାନନ୍ଦ ପରମହଂସ (୧୮୮୦ − ୧୯୩୫) ଜଣେ ଭାରତୀୟ ସାଧକ ଓ ଆଧ୍ୟାତ୍ମିକ ଗୁରୁ ଥିଲେ । ସେ ଭାରତର ପଶ୍ଚିମ ବଙ୍ଗ ରାଜ୍ୟର ନଦିଆ ଜିଲ୍ଲାର କୁତବପୁର ଗ୍ରାମର ଗୋଟିଏ ବ୍ରାହ୍ମଣ ପରିବାରରେ ୧୨୮୭ ସାଲ (୧୮ ଅଗଷ୍ଟ ୧୮୮୦) ଝୁଲଣ ପୂର୍ଣିମା ତିଥି ରେ, ଜନ୍ମ ଗ୍ରହଣ କରିଥିଲେ । ଭାରତର ସେ ଜଣେ ଅସାଧାରଣ ଶକ୍ତି ସମ୍ପନ୍ନ ସଦଗୁରୁ ଥିଲେ । ସନ୍ୟାସୀ ଗ୍ରହଣ ପରେ ପରମହଂସ ଶ୍ରୀ ମଦ୍ ସ୍ୱାମୀ ନିଗମାନନ୍ଦ ସରସ୍ୱତୀ ଦେବ ନାମରେ ବିଖ୍ୟାତ ହେଲେ । ବିଶ୍ୱାସ ଯୋଗ୍ୟ ଯେ,ଏହି ମହାତ୍ମା ତନ୍ତ୍ର, ଯୋଗ, ଜ୍ଞାନ ଓ ପ୍ରେମ ଚତୁର୍ବିଧ ସାଧନାରେ ସିଦ୍ଧହୋଇ ନିର୍ବିକଳ୍ପ ଭୂମିରୁ ଗୁରୁ ରୂପେ ଅବତୀର୍ଣ୍ଣ ହୋଇଥିଲେ । ଠାକୁର ନିଗମାନନ୍ଦ ନିର୍ବିକଳ୍ପ ଭୂମିରୁ ଫେରି ଗୁରୁ ଭାବ ଘେନି ଲୋକାଳୟକୁ ଆସିବା ପରେ ସମାଜର ଦୁର୍ଗତି ସନ୍ଦର୍ଶନ ଓ ଉପଲବ୍ଧି କରି ଏହାକୁ ଦୃଢ଼ ଓ ପ୍ରାଣବନ୍ତ କରିବା ଉଦ୍ଦେଶ୍ୟରେ ସେ ବ୍ରହ୍ମଚର୍ଯ୍ୟ ସାଧନ, ଯୋଗୀ ଗୁରୁ , ତାନ୍ତ୍ରିକ ଗୁରୁ, ଜ୍ଞାନୀଗୁରୁ ଓ ପ୍ରେମିକଗୁରୁ ଗ୍ରନ୍ଥମାନ ବଙ୍ଗଳା ଭାଷାରେ ପ୍ରଣୟନ କରିଥିଲେ । ପରବର୍ତ୍ତି ସମୟରେ ଏହି ଗ୍ରନ୍ଥମାନର ଓଡ଼ିଆ ଭାଷାନ୍ତର ଦୁର୍ଗାଚରଣ ମହାନ୍ତିଙ୍କଦ୍ୱାରା ସମ୍ଭବପର ହୋଇ ପାରିଥିଲା ।
ଭାନୁମତୀ ଦେବୀ (୧୯୩୪ - ୨୦୧୩) ଓଡ଼ିଆ ମଞ୍ଚ ଓ କଥାଚିତ୍ର ଜଗତର ଜଣେ ଅଭିନେତ୍ରୀ ଥିଲେ । ସେ ମଞ୍ଚଶ୍ରୀ ସତ୍ୟନାରାୟଣ ପଣ୍ଡାଙ୍କ ଠାରୁ ଶାସ୍ତ୍ରୀୟ ଗୀତ ଓ ନୃତ୍ୟ ଶିକ୍ଷା କରିଥିଲେ ।ଗଞ୍ଜାମ ଜିଲ୍ଲା ଆସ୍କା ଗ୍ରାମର ସାରଥି ପଟ୍ଟନାୟକ ଓ ମାତା ପାଟ୍ଟଦେଇଙ୍କ ଔରସରୁ ଭାନୁମତୀ ବର୍ମାରେ ଜନ୍ମଗ୍ରହଣ କରିଥିଲେ । ଓଡ଼ିଆ କଥାଚିତ୍ରରେ ଅଭିନୟ କରିବା ପୂର୍ବରୁ ଭାନୁମତୀ ଉଭୟ ଅନ୍ନପୂର୍ଣ୍ଣା ଥିଏଟର ଏ ଓ ବି ଗ୍ରୁପରେ ୧୫୦ରୁ ଉର୍ଦ୍ଧ୍ୱ ମଞ୍ଚନାଟକରେ ଅଭିନୟ କରିଥିଲେ । ୧୯୫୩ ମସିହାରେ ୧୯ବର୍ଷ ବୟସରେ ସେ ପ୍ରଥମେ ଆମରି ଗାଁ ଝିଅ ଓଡ଼ିଆ କଥାଚିତ୍ରରେ ଅଭିନୟ କରିଥିଲେ । ୧୯୮୭ ମସିହାରେ ମୁକ୍ତିଲାଭ କରିଥିବା ଜୟଦେବ ଥିଲା ତାଙ୍କର ଶେଷ କଥାଚିତ୍ର । ୨୦୧୩ ମସିହା ଜାନୁଆରୀ ୪ତାରିଖ ଦିନ, ୭୮ ବର୍ଷ ବୟସରେ, ପୁରୀଠାରେ ତାଙ୍କର ମୃତ୍ୟୁ ହୋଇଥିଲା ।
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ୱବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ଟୁଇଟର ( /ˈtwɪtər/) ଏକ ଅନଲାଇନ୍ ସୋସିଆଲ୍ ନେଟୱାର୍କିଙ୍ଗ୍ ସେବା ଯାହା ବ୍ୟବହାରକାରୀଙ୍କୁ ପରଷ୍ପର ସହ ୧୪୦-ଅକ୍ଷର ବିଶିଷ୍ଟ ସନ୍ଦେଶ ପଠାଇବାରେ ସାହାଯ୍ୟ କାରିଥାଏ । ଏହି ସନ୍ଦେଶ ଗୁଡିକୁ "ଟୁଇଟ୍" ବୋଲି କୁହାଯାଏ । ଏଥିରେ ପଞ୍ଜିକୃତ ହୋଇଥିବା ବ୍ୟକ୍ତି ମନେ ଟୁଇଟ୍ କରିପରିବେ ଏବଂ ନୁଆ ଟୁଇଟ୍ ପଢିପରିବେ । ପଞ୍ଜିକୃତ ହୋଇନଥିବା ବ୍ୟକ୍ତି ମନେ କେବଳ ନୁଆ ଟୁଇଟ୍ ପଢିପରିବେ । ଅଜିକାଲି ଲୋକମାନେ ମୋବାଇଲ୍, SMS କିମ୍ବା Web Interface ମଧ୍ୟମରେ ଟୁଇଟ୍ କରିପରୁଛନ୍ତି ଏବଂ ପଢିପରୁଛନ୍ତି । Twitter Inc.