ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣୀ ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଜଗନ୍ନାଥ ଦାସ (1487-1547) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଶ୍ରୀନିବାସ ରାମାନୁଜନ FRS ( pronunciation ) (୨୨ ଡିସେମ୍ବର 1887 – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ ’ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏହି ଦିନଟିକୁ ସାଧାରଣତନ୍ତ୍ର ଦିବସ ରୂପେ ପାଳନ କରାଯାଏ । ସାଧାରଣତନ୍ତ୍ର ଦିବସରେ ରାଷ୍ଟ୍ରପତି ରାଜଧାନୀ ଦିଲ୍ଲୀର ଲାଲକିଲ୍ଲା ଦୁର୍ଗଠାରେ ଜାତୀୟ ପତାକା ଉତ୍ତୋଳନ କରି ଭାରତୀୟ ସାମରିକ ବାହିନୀ,ଅର୍ଦ୍ଧ ସାମରିକ ବାହିନୀ,ପୁଲିସ ବାହିନୀ ଓ ଦେଶର ବିଭିନ୍ନ ଅଂଚଳରୁ ଆସିଥିବା କ୍ୟାଡେଟ ମାନଙ୍କଠାରୁ ପ୍ୟାରେଡ଼ ଅଭିବାଦନ ଗ୍ରହଣ କରନ୍ତି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଚାଖି ଖୁଣ୍ଟିଆ (୧୮୨୭ - ୧୮୭୦) ଓଡ଼ିଶାର ପୁରୀରେ ଜନ୍ମିତ ଜନୈକ ବଳଶାଳୀ ସ୍ୱାଧୀନଚେତା ବ୍ରାହ୍ମଣସେବକ । ସେ ୧୮୨୭ ମସିହା ଶାମ୍ବ ଦଶମୀ ଦିନ ଜନ୍ମ ଗ୍ରହଣ କରିଥିଲେ । ଖୁଣ୍ଟିଆଙ୍କର ଶାରୀରିକ ବଳ ଅସାଧାରଣ ଥିଲା । ସେ ନେପାଳୀମାନଙ୍କ ପଣ୍ଡା ଥିଲେ ୧୮୫୭ ମସିହାରେ ଭାରତର ସିପାହୀ ବିଦ୍ରୋହବେଳେ ଏ ଉତ୍ତରପଶ୍ଚିମାଞ୍ଚଳର ହିନ୍ଦୁ ନେପାଳୀ ସୈନ୍ୟଙ୍କୁ ଇଂରେଜମାନଙ୍କ ବିପକ୍ଷରେ ଉତ୍ତେଜିତ କରି ଥିଲେ । ଏ ଶେଷକୁ ଧରାପଡ଼ି ଦଣ୍ଡ ପାଇଥିଲେ ।
ଚନ୍ଦ୍ର ସାରଥୀ ବେହେରା (ଜନ୍ମ: ୧୯ ଜୁଲାଇ ୧୯୭୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ଚନ୍ଦ୍ର ସାରଥୀ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ତଥା ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ୨୦୦୯, ୨୦୧୪ ଓ ୨୦୧୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ସାଲେପୁର ଓ କଟକ ସଦର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୪ଶ, ୧୫ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଗୋଟିଏ ସ୍ୱାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ୱାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ୱ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ବିଷ୍ଣୁବ୍ରତ ରାଉତରାୟ ଜଣେ ଓଡ଼ିଆ ରାଜନୀତିଜ୍ଞ । ବିଷ୍ଣୁବ୍ରତ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୧୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବାସୁଦେବପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବି ମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ବୁରୁଲି ଘାଆ ଅନ୍ୟ ନାମରେ ଜଣାଶୁଣା ଯଥା ବେର୍ନସଡେଲ ଘାଆ (Bairnsdale ulcer), ସର୍ଲ ଘାଆ (Searls ulcer) କିମ୍ବା ଡେନ୍ଟ୍ରି ଘାଆ (Daintree ulcer)) ଏକ ସଂକ୍ରମଣକାରୀ ରୋଗ ଯାହା ମାଇକୋବ୍ୟାକ୍ଟେରିଅମ ଅଲସରାନ୍ସ (Mycobacterium ulcerans) ଜୀବାଣୁଦ୍ୱାରା ହୁଏ । ପ୍ରାରମ୍ଭ କାଳରେ ଏହା ଏକ ନୋଡ୍ୟୁଲ ବା ଆବୁ ବା ଏକ ଫୁଲିଥିବା ସ୍ଥାନ ଆକାରରେ ବାହାରେ । ଏହି ଆବୁ ଏକ ଘାଆରେ ପରିବର୍ତ୍ତିତ ହୁଏ । ଚର୍ମରେ ଦେଖାଯାଉଥିବା ଘାଆ ଅପେକ୍ଷା ଭିତରେ ଏହା ଅଧିକ ବଡ଼ ଥାଏ ଓ ଏହା ଚାରିପଟ ଫୁଲିଥାଏ । ରୋଗ ବଢ଼ିଗଲେ ହାଡ଼ ସଂକ୍ରମିତ ହୋଇପାରେ । ଏହି ଘାଆ ସାଧାରଣତଃ ବାହୁ ଓ ଗୋଡ଼କୁ ସଂକ୍ରମଣ କରେ; ଓ ଏଥିରେ ଜ୍ୱର ହୁଏ । ମାଇକୋବ୍ୟାକ୍ଟେରିଅମ ଅଲସରାନ୍ସ ଏକ ବିଷାକ୍ତ ପଦାର୍ଥ ମାଇକୋଲାକ୍ଟୋନ୍ (mycolactone) ପରିତ୍ୟାଗ କରେ ଯାହା ଦେହର ପ୍ରତିରୋଧ ଶକ୍ତି କମେଇଦେବା ଫଳରେ ଅସମୟ ତନ୍ତୁ ମୃତ୍ୟୁ ହୁଏ । ଏହି ଜୀବାଣୁ ମାଇକୋବାକ୍ଟେରିଅମ ଦଳର ଅନ୍ତର୍ଭୁକ୍ତ ଯେଉ ଦଳର ଜୀବାଣୁ ଯକ୍ଷ୍ମା ଓ କୁଷ୍ଠ ରୋଗ କରାନ୍ତି । ଏହି ରୋଗ ବ୍ୟାପିବା ପ୍ରଣାଳୀ ଜଣାଯାଇନାହିଁ । ଏହା ବ୍ୟାପିବାରେ ଜଳ ଉତ୍ସର ଏକ ଭୂମିକା ଥାଇପାରେ । ୨୦୧୩ ମସିହା ସୁଦ୍ଧା ଏହି ରୋଗ ନିମନ୍ତେ କୌଣସି ଟିକା ବାହାରିନାହିଁ । ତୁରନ୍ତ ଚିକିତ୍ସାରେ ୮୦% ରୋଗୀଙ୍କୁ ୮ ସପ୍ତାହର ଆଣ୍ଟିବାୟୋଟିକ ପ୍ରଭାବଶାଳୀ ହୁଏ । ସ୍ଟ୍ରେପ୍ଟୋପମାଇସିନ ବଦଳରେ ବେଳେ ବେଳେ କ୍ଲାରିଥ୍ରୋମାଇସିନ କିମ୍ବା ମୋକ୍ସିଫ୍ଲୋକ୍ସାସିନ (moxifloxacin) ବ୍ୟବହାର କରାଯାଏ । ଅନ୍ୟ ଚିକିତ୍ସା କ୍ରମେ ଅପରେଶନ ଦରକାର ହୁଏ । ଶୁଖିଗଲା ପରେ ଗୋଟିଏ କ୍ଷତଦାଗ (ସ୍କାର) ରହିଯାଏ ।ଅଧିକାଂଶ ବୁରୁଲି ଘାଆ ସବ୍ ସାହାରା ଅନ୍ତର୍ଗତ କୋଟ ଡି ଇଭେର ସ୍ଥାନରେ ହୁଏ, କିନ୍ତୁ ଏହା ଏସିଆ, ପଶ୍ଚିମ ପାସିଫିକ ଓ ଆମେରିକାରେ ହୋଇପାରେ । ଏହା ୩୨ରୁ ଅଧିକ ଦେଶରେ ଦେଖାଯାଏ । ପ୍ରତିବର୍ଷ ୫ରୁ ଛଅ ହଜାର ରୋଗୀ ହୁଅନ୍ତି । ମାନବ ଅତିରିକ୍ତ ଅନେକ ପ୍ରକାରର ପଶୁଙ୍କୁ ମଧ୍ୟ ଏହି ରୋଗ ହୁଏ । ଆଲ୍ବର୍ଟ ରସ୍କିନ କୁକ (Albert Ruskin Cook) ୧୮୯୭ ମସିହାରେ ପ୍ରଥମେ ଏହି ରୋଗ ବର୍ଣ୍ଣନା କରିଥିଲେ ।
ପରିବାର ନିୟୋଜନ (ଇଂରାଜୀ ଭାଷାରେ Family planning) ସଂଜ୍ଞା:- "ବ୍ୟାପକ ଶିକ୍ଷା, ଡାକ୍ତରୀ ବା ସାମାଜିକ କାର୍ଯ୍ୟକଳାପ ସାହାଯ୍ୟରେ ନାବାଳିକ ସହିତ ବ୍ୟକ୍ତିମାନଙ୍କୁ ତାଙ୍କର ସନ୍ତାନ ସଂଖ୍ୟା ଓ ସେମାନଙ୍କ ମଧ୍ୟରେ ଅନ୍ତର ଓ ମାଧ୍ୟମ ବାଛିବା କ୍ଷମତାକୁ ପରିବାର ନିୟୋଜନ କୁହାଯାଏ ।" ଏହା ସହିତ ମହିଳାକୁ ଜନ୍ମ କରିବା ପିଲା ସଂଖ୍ୟା, ପିଲା ଜନ୍ମ କରିବାର ବୟସ, ଆଦୌ ପିଲା ଜନ୍ମ ନକରିବା ମଧ୍ୟ ପରିବାର ନିୟୋଜନ ମଧ୍ୟରେ ଆସେ । ବିବାହ ପରିସ୍ଥିତି, ପେଷାଗତ ବିଚାର, ଅର୍ଥନୈତିକ ସ୍ଥିତି ଓ ପଙ୍ଗୁତ୍ୱ ଭଳି ବାହ୍ୟ କାରକମାନ ଶିଶୁ ଜନ୍ମ ଓ ଲାଳନ ପାଳନ କରିବା ଦାୟୀତ୍ୱକୁ ଏହା ପ୍ରଭାବିତ କରେ । ଯୌନ ସକ୍ରିୟ ଥିଲେ ଜନ୍ମ ନିୟନ୍ତ୍ରଣ କରିବା ଉପାୟ ଓ ପ୍ରଜନନ (reproduction) ସମୟ ଓ ଜନ୍ମ ନିୟନ୍ତ୍ରଣ ଉପାୟମାନ ବିଚାର କରିବାକୁ ମଧ୍ୟ ପରିବାର ନିୟୋଜନ କୁହାଯାଏ ।ଅନ୍ୟ ଦିଗରେ ପରିବାର ନିୟଜନ ମଧ୍ୟରେ ଯୌନ ଶିକ୍ଷା (sex education), ଯୌନ କ୍ରିୟା ସଞ୍ଚାରିତ ରୋଗ ସମୂହର ଚିକିତ୍ସା ଓ ପ୍ରତିଷେଧ, ପ୍ରାକ୍-ଗର୍ଭାଧାନ ପରାମର୍ଶ (pre-conception counseling) ଗର୍ଭାବସ୍ଥା ଉପଚାର ଓ ବନ୍ଧ୍ୟା ଚିକିତ୍ସା (infertility) ପ୍ରତି ମଧ୍ୟ ଧ୍ୟାନ ଦିଆଯାଏ । କେବଳ ଗର୍ଭଧାରଣ ସେବାରେ ପରିବାର ନିୟୋଜନକୁ ସଂଲଗ୍ନ କରାଯେ ଗର୍ଭପାତକୁ ନୁହେଁ । କିନ୍ତୁ ଜନ୍ମ ନିରୋଧ ଓ ପରିବାର ନିୟୋଜନ କଲେ ଗର୍ଭପାତ ସଙ୍କଟ କମିଯାଏ ।ପରିବାର ନିୟୋଜନକୁ ବେଳେ ବେଳେ ଭୁଲରେ ଗର୍ଭନିରୋଧ (contraception) ଅର୍ଥରେ ବ୍ୟବହାର କରାଯାଏ । ଗର୍ଭନିରୋଧ ସହିତ ତାହାର ଉପାୟ ଓ ଅଭ୍ୟାସ ନିୟୋଜନ ମଧ୍ୟରେ ଯାଏ । ଅଧିକନ୍ତୁ ଅନେକ ଗର୍ଭନିରୋଧ କରିବାକୁ ଇଚ୍ଛା କରନ୍ତି, ନିୟୋଜନ ନୁହେଁ ଓ ଏହି ଦଳରେ ଅବିବାହିତ ଯୁବକ ଯୁବତୀ, ଯୁବାବସ୍ଥାର ବିବାହିତ ଯୋଡ଼ି, ପେଷା ପ୍ରତି ଧ୍ୟାନ ଦେବାକୁ ଗର୍ଭାଧାନ ବିଳମ୍ବିତ କରିବା ଲୋକ ଅଛନ୍ତି; ଏହି ଦିଗରେ ଅନେକ କାମ କରାଯାଇଛି । ଅଧୁନା ମହିଳା ଓ ତାହାର ଶିଶୁ ଗର୍ଭଧାରଣ ନିର୍ଣ୍ଣୟ ବିଷୟକୁ ପରିବାର ନିୟୋଜନ ପରିପ୍ରେକ୍ଷୀରେ ନିଆଯାଉଛି ଓ ପୃଥିବୀର ଅନେକ ଦେଶମାନଙ୍କରେ ପ୍ରଜନନ ସ୍ୱଇଚ୍ଛାକୁ ଅଗ୍ରାଧିକାର ଦିଆଯାଉଛି । ସାଧାରଣତଃ ପରିବାର ନିୟୋଜନରେ ଦମ୍ପତ୍ତିଙ୍କର ସୀମିତ ଶିଶୁ ସଂଖ୍ୟା ଓ ଗର୍ଭାଧାନର ସମୟ ନିୟନ୍ତ୍ରଣ କରିବା ପ୍ରଥାକୁ ଜନ୍ମ ଅନ୍ତର ବା ଶିଶୁ ଅନ୍ତର (spacing children) କୁହାଯାଉଛି ।
ମାତୃ ମୃତ୍ୟୁ (ଇଂରାଜୀ ଭାଷାରେ Maternal death ବା maternal mortality) ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନଦ୍ୱାରା ସଂଜ୍ଞାକରଣ କରାଯାଇଛି:- ଗର୍ଭାବସ୍ଥାରେ ବା ଗର୍ଭ ସମାପ୍ତି ପରଠାରୁ ୪୨ ଦିନ ପର୍ଯ୍ୟନ୍ତ ମହିଳାର ଗର୍ଭକାଳ, ଗର୍ଭର ସ୍ଥାନ, ଯେ କୌଣସି ଗର୍ଭ କାରଣରୁ ଅବସ୍ଥାର ଅବନତି ବା ଏହାର ଚିକିତ୍ସା ଇତ୍ୟାଦି କାରଣମାନଙ୍କ ଯୋଗୁ ମୃତ୍ୟୁ ହେଲେ ତାହାକୁ ମାତୃ ମୃତ୍ୟୁ କୁହାଯିବ କିନ୍ତୁ ଦୁର୍ଘଟଣା ବା ସମସାମୟିକ କାରଣରୁ ନୁହେଁ ।ଡବ୍ଲ୍ୟୁଏଚଓର ଏହି ସଂଜ୍ଞାରେ ଗର୍ଭ ସମାପ୍ତି ପରେ ସମୟ ଅବଧିକୁ ସିଡିସି ଏକ ବର୍ଷ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି ।ଇଂରାଜୀ ଭାଷାରେ ମ୍ୟାଟରନାଲ ମର୍ଟାଲିଟି ରେଟ୍ (ମାତୃ ମୃତ୍ୟୁ ହାର) ଓ ମ୍ୟାଟରନାଲ ମର୍ଟାଲିଟି ରେସିଓ (maternal mortality ratio - ମାତୃ ମୃତ୍ୟୁ ଅନୁପାତ) ସୂଚକ ଦୁଇଟିକୁ ଏମଏମଆର ("MMR") ଭାବରେ ବ୍ୟବହାର କରାଯାଏ ଯାହା ଦ୍ୱନ୍ଦ୍ୱ ସୃଷ୍ଟି କରେ । ୧୯୯୦ ମସିହାରୁ ୨୦୧୭ ମସିହା ସୁଦ୍ଧା ମାତୃ ମୃତ୍ୟୁ ହାର ୪୪% କମିଯାଇଛି କିନ୍ତୁ ପ୍ରତି ଦିନ ୮୩୦ ଜଣ ମହିଳ ଗର୍ଭ ଓ ଶିଶୁଜନ୍ମ କାରଣରୁ ମୃତ୍ୟୁ ମୁଖରେ ପତିତ ହେଉଛନ୍ତି । ମିଳିତ ଜାତିସଂଘ ଜନସଂଖ୍ୟା ଫଣ୍ଡ (UNFPA) ଦ୍ଵାରା ୨୦୧୭ ମସିହାରେ ପ୍ରକାଶିତ ରିପୋର୍ଟ ଅନୁସାରେ ଜଣେ ମହିଳା ପ୍ରତି ଦୁଇ ମିନିଟରେ ଓ ମୃତ୍ୟୁ ବରଣ କରୁଥିବା ପ୍ରତ୍ୟେକ ମହିଳା ୨୦-୩୦ ସଂଖ୍ୟକ ଜଟିଳ ସମସ୍ୟାର ସମ୍ମୁଖୀନ ହୁଅନ୍ତି ବା ଦୀର୍ଘକାଳୀନ କୁଫଳ ପ୍ରାପ୍ତ ହୁଅନ୍ତି । ଏମାନଙ୍କ ମଧ୍ୟରୁ ଅଧିକାଂଶ ସମସ୍ୟାର ପ୍ରତିଷେଧ ହୋଇପାରିବ ।୨୦୧୫ ମସିହାରେ ସର୍ବମୋଟ ୩୦୩୦୦୦ ମହିଳା ପ୍ରସବ ବା ଗର୍ଭାବସ୍ଥାଜନିତ ସମସ୍ୟାରୁ ମୃତ୍ୟୁବରଣ କରିଥିବା ମିଳିତ ଜାତିସଂଘ ଜନସଂଖ୍ୟା କୋଷ ପ୍ରକାଶ କରିଥିଲା । ଏଥିରୁ କିଛି କାରଣ ଯଥା – ପ୍ରସବ ପରବର୍ତ୍ତୀ ରକ୍ତସ୍ରାବ ଓ ପ୍ରସବ ବାଧାପ୍ରାପ୍ତ ହେବା ଇତ୍ୟାଦି ଅବସ୍ଥାର ପ୍ରତିରୋଧ ସମ୍ଭବପର । ବହୁ ମହିଳାମାନଙ୍କୁ ପରିବାର ନିୟୋଜନ ଓ ପ୍ରସବ ଯତ୍ନ ସମ୍ପର୍କୀୟ ସୁବିଧା ଉପଲବ୍ଧ ହୋଇପାରିଥିବାରୁ ବିଶ୍ଵ ସ୍ତରରେ ମାତୃ ମୃତ୍ୟୁ ହାର ଯଥେଷ୍ଟ ପରିମାଣରେ ହ୍ରାସ ପାଇଛି । ୧୯୯୦ ମସିହାରେ ଲକ୍ଷେ ପ୍ରସବରେ ୩୮୫ଟି ମାତା ମୃତ୍ୟୁମୁଖରେ ପଡ଼ୁଥିଲେ, କିନ୍ତୁ ୨୦୧୫ ମସିହା ବେଳକୁ ଲକ୍ଷେ ପ୍ରସବରେ ଏହି ସଂଖ୍ୟା ୨୧୬କୁ ହ୍ରାସ ପାଇଛି । ବିଗତ ଦଶ ବର୍ଷରେ ଅନେକ ଦେଶ ଏହି ମୃତ୍ୟୁ ହାରକୁ ୫୦% କମାଇବାରେ ସଫଳ ହୋଇପାରିଛନ୍ତି ।ମାତୃ ମୃତ୍ୟୁ ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଇ ଏହି ହାର ହ୍ରାସ ପାଇଛି ସତ, କିନ୍ତୁ ଅବିକଶିତ ଓ ଗରିବ ଦେଶମାନଙ୍କରେ ଏହି ଦିଗରେ ବହୁ ମାତ୍ରାରେ ଉନ୍ନତି ଆବଶ୍ୟକ । ଏସିଆ ଓ ଆଫ୍ରିକା ମହାଦେଶର ଅବିକଶିତ ଦେଶମାନଙ୍କର ମାତୃ ମୃତ୍ୟୁ ହାର ସମଗ୍ର ବିଶ୍ଵର ମାତୃ ମୃତ୍ୟୁ ହାରର ୮୫% । ମାତାଙ୍କ ମୃତ୍ୟୁର ପ୍ରଭାବ ପରିବାର ଉପରେ ମଧ୍ୟ ପଡ଼ିଥାଏ । ଯଦିଓ କିଛି ଶିଶୁ ଗର୍ଭରୁ ଜୀବିତ ବାହାରିବାରେ ସଫଳ ହୁଅନ୍ତି, କିନ୍ତୁ ସେମାନେ ଦୁଇ ବର୍ଷ ମଧ୍ୟରେ ମୃତ୍ୟୁବରଣ କରିବାର ସମ୍ଭାବନା ଅଧିକ ।
ଭାରତୀୟ ସଂସଦର ୨୦୧୯ ନାଗରିକତା (ସଂଶୋଧନୀ) ନିୟମ ୧୯୫୫ ନାଗରିକତା ନିୟମର ସଂଶୋଧନ କରି ପାକିସ୍ତାନ, ବଙ୍ଗଳାଦେଶ ଓ ଆଫଗାନିସ୍ତାନର ଧାର୍ମିକ ସଂଖ୍ୟାଲଘୁମାନଙ୍କୁ ଭାରତୀୟ ନାଗରିକତା ପ୍ରଦାନ ପାଇଁ ପଥ ପ୍ରସ୍ତୁତ କରିଥାଏ । ଏଥି ପାଇଁ ଯୋଗ୍ୟ ସଂଖ୍ୟାଲଘୁମାନେ ହେଲେ ହିନ୍ଦୁ ଶିଖ, ବୌଦ୍ଧ, ଜୈନ, ପାର୍ସୀ ଓ ଖ୍ରୀଷ୍ଟିଆନ । ମୁସଲିମମାନେ ଏଥି ପାଇଁ ଯୋଗ୍ୟ ନୁହଁନ୍ତି । ଏଥି ପାଇଁ ଯୋଗ୍ୟ ବିବେଚିତ ହେବା ନିମନ୍ତେ ପ୍ରାର୍ଥୀମାନେ ୨୦୧୪ ଡିସେମ୍ବର ୩୧ ଆଗରୁ ଭାରତରେ ପ୍ରବେଶ କରିଥିବା ଓ ନିଜ ମୂଳ ଦେଶରେ "ଧର୍ମଗତ ଅତ୍ୟାଚାର ସହିଥିବା ବା ଧର୍ମଗତ ଅତ୍ୟାଚାରର ଭୟ ଥିବା" ବିଧେୟ । ଏହି ନିୟମ ଉପୋରକ୍ତ ସଂଖ୍ୟାଲଘୁମାନଙ୍କ ପାଇଁ ନାଗରିକତାର ଆବଶ୍ୟକତାକୁ କୋହଳ କରି ୧୧ ବର୍ଷରୁ ୫ ବର୍ଷ କରିଥିଲା କ୍ଷମତାସୀନ ଭାରତୀୟ ଜନତା ପାର୍ଟି ତା'ର ୨୦୧୪ ନିର୍ବାଚନ ଇସ୍ତାହାରରେ ପ୍ରତିଶ୍ରୁତି ଦେଇଥିଲା ଯେ ତାହା ହିନ୍ଦୁ ଶରଣାର୍ଥୀମାନଙ୍କୁ ଏକ ପ୍ରାକୃତିକ ବାସଭୂମି ଯୋଗାଇବ । ସେହି ଦିନରୁ ଏହି ଭଳି ଶରଣାର୍ଥୀମାନଙ୍କ ବାବଦରେ ଖବର ପ୍ରକାଶ ପାଇଆସୁଥିଲା । ୨୦୧୫ରେ ସରକାର ଏଭଳି ଶରଣାର୍ଥୀମାନଙ୍କୁ ସେମାନଙ୍କ ଯାତାୟତ ନଥି ଓ ଦୀର୍ଘମିଆଦି ଭିସା ପ୍ରଦାନ ପାଇଁ ନିର୍ଦ୍ଦେଶ ଦେବା ଆରମ୍ଭ କରିଥିଲା । ଇଣ୍ଟେଲିଜେନ୍ସ ବ୍ୟୁରୋ ଅନୁସାରେ ପ୍ରାୟ ସମସ୍ତ ହିନ୍ଦୁ କିମ୍ବା ଶିଖ ଧର୍ମାବଲମ୍ବୀ ଥିବା ୩୦,୦୦୦ ଶରଣାର୍ଥୀ ଏହି ନିୟମ ସଂଶୋଧନୀଦ୍ୱାରା ଉପକୃତ ହୋଇଛନ୍ତି ବା ହେବେ ।ଭାରତର ଧର୍ମନିରପେକ୍ଷ ସମ୍ବିଧାନ ଓ ତା'ର ୧୪ତମ ଧାରାର ଉଲ୍ଲଂଘନ କରୁଥିବାରୁ ଏହି ସଂଶୋଧନୀ ନିୟମ ଭାରତ ଓ ବିଦେଶରେ ସମାଲୋଚିତ ହୋଇଛି ।
ମକର ସଂକ୍ରାନ୍ତି ଏକ ସର୍ବ ଭାରତୀୟ ପର୍ବ । ଏହି ପର୍ବକୁ ସମସ୍ତେ ଉତ୍ସାହର ସହିତ ପାଳନ କରନ୍ତି । ଭାରତ ବାହାରେ ରୋମାନ ଓ ଇହୁଦୀମାନେ ମଧ୍ୟ ଏହିପର୍ବ ପାଳନ କରନ୍ତି । ଭାରତର ବିଭିନ୍ନ ଅଞ୍ଚଳ ଅପେକ୍ଷା ଦକ୍ଷିଣ ଭାରତରେ ଏହା ସବୁଠାରୁ ବଡ଼ ପର୍ବ । ଦକ୍ଷିଣରେ ଏହାକୁ ପୋଙ୍ଗଲ ବୋଲି କହନ୍ତି । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ମକର ରାଶିରେ ପ୍ରବେଶ କରିଥାନ୍ତି । ସୌର ଗଣନା ଅନୁସାରେ ମକର ସଂକ୍ରାନ୍ତିକୁ ମକର ମାସର ପ୍ରଥମ ଦିନ ହିସାବରେ ଗ୍ରହଣ କରାଯାଏ । ସଂକ୍ରାନ୍ତି ହେଉଛି ସୂର୍ଯ୍ୟଙ୍କର ସଂକ୍ରମଣ ବା ଗୋଟିଏ ରାଶିରୁ ଅନ୍ୟ ରାଶିକୁ ଚଳନ କରିବାର ଦିନ । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ଧନୁ ରାଶିରୁ ମକର ରାଶିକୁ କ୍ରମଶଃ ଗମନ କରନ୍ତି । ଏହି ଦିନଠାରୁ ସୂର୍ଯଙ୍କର ଉତ୍ତରାୟଣ ଗତି ଆରମ୍ଭ ହୋଇଥାଏ ।
ସୁଷମା ସ୍ୱରାଜ ( pronunciation ) (୧୪ ଫେବୃଆରୀ ୧୯୫୨ – ୬ ଅଗଷ୍ଟ ୨୦୧୯) ଜଣେ ଭାରତୀୟ ରାଜନେତ୍ରୀ, ପୂର୍ବୋକ୍ତ ସୁପ୍ରିମକୋର୍ଟ ଓକିଲ ଥିଲେ । ସେ ୨୬ ମଇ ୨୦୧୪ରୁ ୩୦ ମଇ ୨୦୧୯ ପର୍ଯ୍ୟନ୍ତ କେନ୍ଦ୍ର ବୈଦେଶିକ ମନ୍ତ୍ରୀ ଭାବେ ଦାୟିତ୍ୱ ନିର୍ବାହ କରିଥିଲେ । ଇନ୍ଦିରା ଗାନ୍ଧୀଙ୍କ ପରେ ସ୍ୱରାଜ ଦ୍ୱିତୀୟ ମହିଳା ଭାବେ ଭାରତର କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ରୂପେ ଦାୟିତ୍ୱ ନେଇଥିଲେ । ସେ ଭାରତୀୟ ଜନତା ପାର୍ଟିର ଏକ ଦଳୀୟ ନେତ୍ରୀ । ସେ ୭ ଥର ସଂସଦ ରସବ୍ୟ ହିସାବରେ ଏବଂ ତିନି ଥର ଆଇନ ପ୍ରଣୟନ ସଭାର ସଦସ୍ୟ ଭାବେ ବଛା ହୋଇଥିଲେ । ସେ ୨୫ ବର୍ଷରେ ୧୯୯୭ ମସିହାରେ ହରିୟାଣାର କନିଷ୍ଠତମ କ୍ୟାବିନେଟ ମନ୍ତ୍ରୀ ହିସାବରେ ଯୋଗଦେଇଥିଲେ । ଅଳ୍ପ କାଳ ପାଇଁ ସେ ଦିଲ୍ଲୀର ପଞ୍ଚମ ମୁଖ୍ୟମନ୍ତ୍ରୀ ପଦବୀରେ ମଧ୍ୟ ଥିଲେ । ୨୦୧୪ ମସିହାରେ ସେ ଭାରତୀୟ ଜାତୀୟ ନିର୍ବାଚନରେ ଦ୍ୱିତୀୟ ଥର ପାଇଁ ମଧ୍ୟପ୍ରଦେଶର ବିଦିଶା ନିର୍ବାଚନ ମଣ୍ଡଳୀରୁ ଜିତିଥିଲେ । ୬ ଅଗଷ୍ଟ ୨୦୧୯ରେ
ଭାରତୀୟ ସମ୍ବିଧାନର ମୁଖବନ୍ଧ ଓ ମୌଳିକ ବୈଶିଷ୍ଟ୍ୟ
ଭାରତୀୟ ସମ୍ବିଧାନର ବୈଶିଷ୍ଟ୍ୟ ବର୍ଣ୍ଣନା କଲାବେଳେ କେତେକ ପ୍ରଧାନ ବ୍ୟବସ୍ଥା ପ୍ରତି ଦୃଷ୍ଟିଦେବାକୁ ହୁଏ ।
ଶ୍ରୀ ଅରବିନ୍ଦ (ବଙ୍ଗାଳୀ - শ্রী অরবিন্দ - Sri Ôrobindo) ହେଉଛନ୍ତି ଏକାଧାରରେ ଜଣେ ଯୋଗୀ, ଗୁରୁ, କ୍ରାନ୍ତିକାରୀ, ସ୍ୱାଧୀନତା ସଂଗ୍ରାମୀ, ଦାର୍ଶନିକ ତଥା କବି । ସେ ୧୫ ଅଗଷ୍ଟ ୧୮୭୨ ମସିହାରେ ଇଂରେଜ ଶାସନାଧୀନ ଭାରତର କଲିକତା ନଗରରେ ଭୂମିଷ୍ଠ ହୋଇଥିଲେ । ମାନବ ଜାତିର ପୂର୍ଣାଙ୍ଗ ଅଭ୍ୟୁଦୟ ସମ୍ବନ୍ଧରେ ନିଜର ଦର୍ଶନ ବିକଶିତ ହେବା ଆଗରୁ ସେ ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଯୋଗଦାନ କରି ସେ ଜଣେ ମହାନ ନେତା ହିସାବରେ ପରିଚିତ ହୋଇ ଅଛନ୍ତି। ସେ ସଶସ୍ତ୍ର ସଂଗ୍ରାମରେ ବିଶ୍ୱାସୀ ଥିଲେ । ଶ୍ରୀ ଅରବିନ୍ଦଙ୍କ ଦର୍ଶନର ମୂଳ ତତ୍ୱ ହେଉଛି ସାଧାରଣ ମାନବ ଜୀବନକୁ ଦିବ୍ୟ ଜୀବନରେ ରୂପାନ୍ତରଣ କରିବା । ସେ କହିଛନ୍ତି, ‘ମଣିଷ ହେଉଛି ଏକ ବିକାଶୋନ୍ମୁଖୀ ସତ୍ତା। ସେ ପୂର୍ଣ ବିକଶିତ ନୁହେଁ। ମାନସରୁ ଅତିମାନସ ପର୍ଯ୍ୟନ୍ତ ବିକାଶ ହେଉଛି ବିଶ୍ୱ ଚେତନା ଉତ୍ତରଣର ପରବର୍ତୀ ମାଇଲ ଖୁଣ୍ଟ । ଆଉ ଏହା ଅତି ଆବଶ୍ୟକ କାରଣ ଏହା ହେଉଛି ଅନ୍ତରାତ୍ମାର ମୂଳ ଉଦ୍ଦେଶ୍ୟ ଓ ନୈସର୍ଗିକ ନିୟମ।’ ଏହିପରି ଭାବରେ ଶ୍ରୀ ଅରବିନ୍ଦ ‘ମୁକ୍ତି’କୁ ଏକ ଭିନ୍ନ ରୂପରେ ପ୍ରତି ପାଦନ କରିଛନ୍ତି, ଯାହା ବୈୟକ୍ତିକ ନୁହେଁ ବରଂ ସାମଗ୍ରିକ, ସମ୍ପୂର୍ଣ ମାନବ ସମାଜର ଉତ୍ତରଣରେ ବିଶ୍ୱାସୀ। ପ୍ରାଚ୍ୟ ଓ ପାଶ୍ଚାତ୍ୟ ଦର୍ଶନ, ଧର୍ମ, ସାହିତ୍ୟ ଓ ମନୋବିଜ୍ଞାନର ସମନ୍ୱୟ ଶ୍ରୀ ଅରବିନ୍ଦଙ୍କ ଲେଖାରେ ଦେଖିବାକୁ ମିଳେ। ଶ୍ରୀ ଅରବିନ୍ଦଙ୍କ କୃତି ଭିତରେ ଦର୍ଶନ, କାବ୍ୟ, ବେଦ, ଉପନିଷଦ ଏବଂ ଗୀତା ଆଦିର ଅନୁବାଦ ଓ ଟୀକା, ନାଟକ, ସାମାଜିକ, ରାଜନୈତିକ ଓ ଐତିହାସିକ ସମାଲୋଚନା, ଆଧ୍ୟାତ୍ମିକ ଲେଖା, ପତ୍ର ପତ୍ରିକା ଓ ପତ୍ରାବଳୀ ଆଦି ଅନ୍ତର୍ଭୁକ୍ତ। ତାଙ୍କର ସାହିତ୍ୟିକ ସୃଷ୍ଟି ଦର୍ଶନ, କାବ୍ୟ ଓ ନାଟକୀୟତାରେ ଏକ ମଧୁର ସମନ୍ୱୟରେ ସୁଗଠିତ ଯାହା କିଞ୍ଚିତ୍ ଜଟିଳ, ଓ ସହଜରେ ବୋଧଗମ୍ୟ ନୁହେଁ। ତାଙ୍କର କତିପୟ ରଚନା ବଳି ନିମ୍ନରେ ପ୍ରଦତ୍ତ ହେଲା। ଦ ଲାଇଫ ଡିଭାଇନ The Life Divine (1940), ଦ ହ୍ୟୁମାନ ସାଇକଲ The Human Cycle (1949), ଦ ଆଇଡିଆଲ ଅଫ ହ୍ୟୁମାନ ୟୁନିଟି The Ideal of Human Unity (1949), ଅନ ଦି ବେଦ On the Veda (1956), କଲେକ୍ଟେଡ ପଏମସ ଏଣ୍ଡ ପ୍ଲେଜCollected Poems and Plays (1942), ଏସେଜ ଅନ ଦି ଗୀତାEssays on the Gita (1928), ଦ ସିନ୍ଥେସିସ ଅନ ଯୋଗ The Synthesis of Yoga (1948), and ସାବିତ୍ରୀ : ଏ ଲିଜେଣ୍ଡ ଏଣ୍ଡ ଏ ସିମ୍ବଲ Savitri: A Legend and a Symbol (1950).
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଓଡ଼ିଆ ଭାଗବତ ଜଗନ୍ନାଥ ଦାସଙ୍କ ରଚିତ ଓଡ଼ିଆ ଭାଷାର ଏକ ପୁରାତନ ସାହିତ୍ୟିକ ପୁରାଣ କୃତି । ଏହା ୧୪ଶ ଶତାବ୍ଦୀରେ ରଚିତ ।, ଭାଗବତ ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ଏହି ପୋଥିମାନଙ୍କୁ ଏକାଠି କରି ତାହାକୁ ଛପା ବହି ଆକାରରେ ପ୍ରକାଶ କରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଟୁଙ୍ଗି ଓ ଭାଗବତ ଗାଦି/ଭାଗବତ ଗୋସାଇଁ ଆଦି ସାମୁହିକ ଭାଗବତ ପାଠ ପାଇଁ ରହିଥିଲା । ଜଗନ୍ନାଥଙ୍କ ପାଖେ ମଧ୍ୟ ଭାଗବତ ପଢ଼ାଯାଏ । ଏହା ଆଗ କାଳରେ ଭାଗବତ ଟୁଙ୍ଗି ମାନଙ୍କରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ହେତୁ ଏହା ଓଡ଼ିଆ ଘର ମାନଙ୍କରେ ବୋଲାଯାଇଥାଏ । ଭାଗବତ ପ୍ରତି ଓଡ଼ିଆ ଘରେ ସନ୍ତାନ ଜନ୍ମ ହେବା ଏନ୍ତୁଡ଼ିଶାଳରେ, ମୁମୂର୍ଷର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ, ମହାମାରୀ, ହଇଜା ଓ ଗ୍ରାମର ଅନିଷ୍ଟ ଆଶଙ୍କା ଭୟରେ ଭାଗବତ ପାଠ କରାଯାଉଥିଲା ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନ୍ସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ୱାଧୀନତା ସଂଗ୍ରାମର ଜଣେ ନାୟିକା ଥିଲେ । ସ୍ୱଦେଶ ଓ ସ୍ୱଜାତିକୁ ପରାଧୀନତାର ବନ୍ଧନରୁ ମୁକ୍ତ କରିବା ପାଇଁ ସେ ସଂଗ୍ରାମ କରିଥିଲେ । ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗଚାଳନା, ଅଶ୍ୱାରୋହଣ, ବିଭିନ୍ନ ପ୍ରକାର ଶାରୀରିକ ବ୍ୟାୟାମ, ଦୁର୍ଦ୍ଦାନ୍ତ ହସ୍ତୀମାନଙ୍କୁ ଆୟତ କରିବା ଆଦି କଳାରେ ସେ ପାରଙ୍ଗମ ଥିଲେ ।
କମ୍ପୁଟର ସଫ୍ଟୱେର କିମ୍ବା ସଫ୍ଟୱେର, କମ୍ପ୍ୟୁଟର ପ୍ରୋଗ୍ରାମ, ଲାଇବ୍ରେରି ଏବଂ ସେମାନଙ୍କ ସମ୍ବନ୍ଧିତ ନଥିକରଣକୁ ନେଇ ଗଠିତ । "ସଫ୍ଟୱେର" ଶବ୍ଦଟି କେବେ କେବେ ସଙ୍କୁଚିତ ଅର୍ଥରେ ଆପ୍ଲିକେସନ ସଫ୍ଟୱେରକୁ ମଧ୍ୟ ବୁଝାଇଥାଏ । ସଫ୍ଟୱେର କମ୍ପ୍ୟୁଟର ମେମୋରିରେ ସାଇତା ହୋଇ ରହିଥାଏ ଏବଂ ଏହାକୁ କେହି ଛୁଇଁପାରିବେ ନାହିଁ ।ନିମ୍ନତମ ସୋପାନରେ, ଏକ୍ସକ୍ୟୁଟ କରାହୋଇପାରିବା କୋଡ଼ସମୂହ ଏକ ନିର୍ଦ୍ଦିଷ୍ଟ ପ୍ରସେସର– ସାଧାରଣତଃ ଏକ ସେଣ୍ଟ୍ରାଲ ପ୍ରୋସେସିଙ୍ଗ ୟୁନିଟ (ସିପିୟୁ) ସହ ସମ୍ବନ୍ଧିତ ମେସିନ ଲାଙ୍ଗୁଏଜକୁ ନେଇ ଗଠିତ । ଏକ ମେସିନ ଲାଙ୍ଗୁଏଜ ପ୍ରୋସେସର ସୂଚନାକୁ ସୂଚାଉଥିବା ବାଇନାରି ମୂଲ୍ୟକୁ ନେଇ ଗଠିତ ଦଳମାନଙ୍କୁ ନେଇ ତିଆରି । ଏହି ମୂଲ୍ୟସବୁ କମ୍ପ୍ୟୁଟରର ପୂର୍ବ ଅବସ୍ଥାକୁ ବଦଳାଇଥାଏ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ବିଜୟ ମିଶ୍ର (ଜନ୍ମ ୧୬ଜୁଲାଇ ୧୯୩୬) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଛନ୍ତି । ଶ୍ରୀ ମିଶ୍ର, ଏଯାବତ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିସାରିଛନ୍ତି । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନ ପାଇଁ ମନୋନୀତ ହୋଇଛନ୍ତି ।
ଭୁବନେଶ୍ୱର ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ୱର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ୱର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ୱାରା ବିଶେଷ ଆଦୃତ ହୋଇଅଛି ।ଭୁବନେଶ୍ୱର ନାମଟି ଶିବଙ୍କ ଅନ୍ୟନାମ ତ୍ରିଭୁବନେଶ୍ୱର ନାମରୁ ଆସିଅଛି । ଭୁବନେଶ୍ୱର ୩୦୦୦ ବର୍ଷ ଆଗରୁ ମହାମେଘ ବାହନ ଚେଦି ବଂଶଦ୍ୱାରା ଆରମ୍ଭ ହୋଇଥିଲା ଯେଉଁମାନଙ୍କ ରାଜଧାନୀ ବର୍ତ୍ତମାନର ଭୁବନେଶ୍ୱର ପାଖ ଶିଶୁପାଳଗଡ଼ରେ ଥିଲା । ଭୁବନେଶ୍ୱର ତୋଷାଳୀ, କଳିଙ୍ଗ ନଗରୀ, ନଗର କଳିଙ୍ଗ, ଏକାମ୍ର କାନନ, ଏକାମ୍ର କ୍ଷେତ୍ର ଏବଂ ମନ୍ଦିର ମାଳିନୀ ନଗରୀ ନାମରେ ପ୍ରସିଦ୍ଧ ।
ବଳଦେବ ରଥ (୧୭୮୯ - ୧୮୪୫) ଗଞ୍ଜାମ ଜିଲ୍ଲାର ଜଣେ ଓଡ଼ିଆ ରୀତି ଯୁଗର କବି । ସେ କବିସୂର୍ଯ୍ୟ ଭାବେ ପରିଚିତ । ଏକାଧାରରେ ଜଣେ କବି ଓ ସଙ୍ଗୀତକାର ଭାବରେ କବିତା, ଚମ୍ପୂ ଆଦିର ରଚନା କରି ସ୍ୱରସଂଯୋଜନା କରିଥିଲେ । ଗଞ୍ଜାମ ଜିଲ୍ଲାର ଢୁମ୍ପା ସଙ୍ଗୀତକୁ କବିସୂର୍ଯ୍ୟ ଆରମ୍ଭ କରିଥିଲେ ଓ ଗୀତ ରଚନା କରିଥିଲେ । ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।
ଅବହେଳିତ ଉଷ୍ଣକଟିବନ୍ଧିୟ ରୋଗ (ଇଂରାଜୀ ଭାଷାରେ Neglected tropical diseases (NTDs)) କହିଲେ ଭିନ୍ନ ଭିନ୍ନ ଉଷ୍ଣକଟିବନ୍ଧିୟ ସଂକ୍ରମଣ (tropical infections) ସମୂହର ଏକ ଦଳକୁ ବୁଝାଏ ଯାହାଦ୍ୱାରା ବିକାଶଶୀଳ ଏସିଆ, ଆଫ୍ରିକା ଓ ଆମେରିକୀୟ ଦେଶମାନଙ୍କରେ (developing regions) ବାସ କରୁଥିବା ନିମ୍ନ ଆୟକାରୀ ଲୋକମାନେ ଆକ୍ରାନ୍ତ ହୁଅନ୍ତି । ବିଭିନ୍ନ ଧରଣର ରୋଗ ସୃଷ୍ଟିକାରୀ ଭୂତାଣୁ, ଜୀବାଣୁ, ପ୍ରୋଟୋଜୋଆ (protozoa) ଓ ହେଲମିନ୍ଥମାନେ (helminths) ରୋଗ ସୃଷ୍ଟି କରନ୍ତି । ଏହାର ବିପରୀତ ତିନୋଟି ରୋଗ ଯଥା:- ମ୍ୟାଲେରିଆ, ଯକ୍ଷ୍ମା ଓ ଏଚଆଇଭି/ଏଡସ ରୋଗମାନଙ୍କ ନିମନ୍ତେ ଅଧିକ ଚିକିତ୍ସାର ସୁବିଧା କରାଯାଉଛି ଓ ଅଧିକ ଗବେଷଣା ନିମନ୍ତେ ଅର୍ଥ ଲବ୍ଧ ହେଉଛି । ସବ-ସାହାରା ଆଫ୍ରିକାରେ ଏହି ରୋଗମାନଙ୍କର ପ୍ରଭାବ ମ୍ୟାଲେରିଆ ଓ ଯକ୍ଷ୍ମା ସହିତ ତୁଳନୀୟ । ଅବହେଳିତ ଉଷ୍ଣକଟିବନ୍ଧିୟ ରୋଗ ସଂକ୍ରମଣ ଯୋଗୁ ଏଚଆଇଭି/ଏଡସ ରୋଗ ଅଧିକ ସାଂଘାତିକ ହୋଇଯାଏ । କେତେକ କ୍ଷେତ୍ରରେ ଚିକିତ୍ସା ଅପେକ୍ଷାକୃତ ଖର୍ଚ୍ଚାନ୍ତ ସାବ୍ୟସ୍ତ ହୁଏ । ଉଦାହରଣ ସ୍ୱରୂପ ସିସ୍ଟୋସୋମିଆସିସ ରୋଗ ହେଲେ ଏକ ପିଲା ପିଛା ବାର୍ଷିକ ୟୁଏସ ୦.୨୦ ଡଲାର ଖର୍ଚ୍ଚ ହୁଏ । ସନ ୨୦୧୦ରେ ଦେଖାଗଲା ଯେ ଏହି ଅବହେଳିତ ରୋଗମାନଙ୍କର ନିୟନ୍ତ୍ରଣ ପାଇଁ ପରବର୍ତ୍ତୀ ୫ରୁ ୭ ବର୍ଷରେ ୨ରୁ୩ ୟୁଏସ ଡଲାର ଆବଶ୍ୟକ ହେବ । କେତେକ ଔଷଧ କମ୍ପାନୀ ଏଥିପାଇଁ ଆବଶ୍ୟକ ଔଷଧ ଦେବାକୁ ସମ୍ମତି ଜଣେଇଛନ୍ତି ଓ କେତେକ ଦେଶମାନଙ୍କରେ ସାମୁହିକ ଡିୱର୍ମିଙ୍ଗ (mass drug administration ଯେପରିକି mass deworming) ବା କୀଟନାଶ ଔଷଧ ସେବନ ସଫଳ ହୋଇଛି । ପ୍ରତିଷେଧକ ଉପାୟଗୁଡ଼ିକ ବିକଶିତ ରାଷ୍ଟ୍ରମାନଙ୍କରେ ଉପଲବ୍ଧ ହେଉଛି, ଗରିବ ରାଷ୍ଟ୍ରମାନଙ୍କରେ ମିଳୁନି । ବିକଶିତ ରାଷ୍ଟ୍ରମାନଙ୍କରେ (developed countries) ସମାଜର ଦରିଦ୍ର ଶ୍ରେଣୀର ଲୋକମାନଙ୍କୁ ଅବହେଳିତ ଉଷ୍ଣକଟିବନ୍ଧିୟ ରୋଗ ଆକ୍ରମଣ କରେ । ଯୁକ୍ତରାଷ୍ଟ୍ର ଆମେରିକାରେ ପ୍ରାୟ ୧.୪୬ ନିୟୁତ ପରିବାର ଓ ୨.୮ ନିୟୁତ ଶିଶୁ ଦୈନିକ ଦୁଇ ଡଲାରରୁ କମ୍ ଆମଦାନୀରେ ଚଳନ୍ତି । ଏହିଭଳି ଦେଶମାନଙ୍କରେ ଏହି ଅବହେଳିତ ଉଷ୍ଣକଟିବନ୍ଧିୟ ରୋଗ ସମସ୍ୟା ଅପେକ୍ଷା ଅନ୍ୟାନ୍ୟ ସ୍ୱାସ୍ଥ୍ୟ ସମସ୍ୟା ଅଧିକ ଗୁରୁତ୍ୱ ବହନ କରେ । ଉଲ୍ଲେଖନୀୟ କଥା ଏହି ଯେ ଏହି ସମସ୍ୟାଗୁଡ଼ିକ ଅବଶେଷରେ ବିକଶିତ ଓ ବିକାଶଶୀଳ ଦେଶର ଜନସଂଖ୍ୟାକୁ ଅଧିକ ସଙ୍କଟରେ ରଖିଦିଏ । ଉଦାହରଣ ସ୍ୱରୂପ, ଦାରିଦ୍ର୍ୟ ଯୋଗୁ ଗୃହହୀନ ଲୋକଙ୍କୁ ରୋଗର ଭେକ୍ଟରମାନେ ଅଧିକ ସଙ୍କଟରେ ରଖନ୍ତି ।କୋଡ଼ିଏଟି ଉଷ୍ଣକଟିବନ୍ଧିୟ ରୋଗ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଚିହ୍ନଟ କରିଥିଲେ ମଧ୍ୟ ଅନ୍ୟାନ୍ୟ ସଂସ୍ଥାମାନଙ୍କର ଏହି ସହିତ ମତଭେଦ ଅଛି । ସନ ୨୦୧୭ରେ କ୍ରୋମୋବ୍ଲାସ୍ଟୋମାଇକୋସିସ (Chromoblastomycosis ଓ ଅନ୍ୟାନ୍ୟ ମାଇକୋସିସ, କାଛୁ, କେତେକ ବାହ୍ୟପରଜୀବୀ ଓ ସାପକାମୁଡ଼ା ବିଷକ୍ରିୟା ଏହି ଲିସ୍ଟ ବା ଚିଠାରେ ଯୋଗ କରାଯାଇଥିଲା । ଏହି ରୋଗଗୁଡ଼ିକ ସ୍ଥାନିୟ ରୋଗ (common) ଭାବରେ ୧୪୯ଟି ଦେଶରେ ୫୦୦ ନିୟୁତ ଶିଶୁ ସହିତ ୧.୪ ବିଲିଅନ ଲୋକଙ୍କୁ ଆକ୍ରମଣ କରିବା ଯୋଗୁ ପ୍ରତି ବର୍ଷ ପ୍ରାୟ କିଛି ବିଲିଅନ ଡଲାର ଖର୍ଚ୍ଚ ହୁଏ । ଏହି ରୋଗ ଫଳରେ ସନ ୧୯୯୦ରେ ୨୦୪,୦୦୦ ମୃତ୍ୟୁ ହୋଇଥିବା ବେଳେ ସନ ୨୦୧୩ରେ କମିଯାଇ ୧୪୨,୦୦୦ ମୃତ୍ୟୁ ହୋଇଥିଲା । କୋଡ଼ିଏଟି ମୂଳୋତ୍ପାଟନ କରିବା ଲକ୍ଷରୁ ସନ ୨୦୧୬ ସୁଦ୍ଧା ଡ୍ରାକୁନ୍କୁଲିଆସିସ, ସନ ୨୦୨୦ ସୁଦ୍ଧା ୟଜ ରୋଗ ଓ ସନ ୨୦୨୦ ସୁଦ୍ଧା ଟ୍ରାକୋମା, ଆଫ୍ରିକୀୟ ଟ୍ରିପାନୋସୋମିଆସିସ, କୁଷ୍ଠ ଓ ଗୋଦର ରୋଗମାନଙ୍କୁ ନିର୍ମୁଳ କରିବା ଲକ୍ଷ ରହିଛି ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଅଜନ୍ତା ଗୁମ୍ଫା (ଇଂରାଜୀରେ Ajanta Caves,ମରାଠୀ ଭାଷାରେ अजिंठा लेणी - ଅର୍ଥାତ୍ ଅଜିଣ୍ଠା ଗୁମ୍ଫା) ଖ୍ରୀଷ୍ଟପୂର୍ବ ଦ୍ୱିତୀୟ ଶତାବ୍ଦୀରୁ ଖ୍ରୀଷ୍ଟାବ୍ଦ ପଞ୍ଚମ ଶତାବ୍ଦୀ ମଧ୍ୟରେ ଭାରତରେ ନିର୍ମିତ ପ୍ରାୟ ୩୦ଟି ବୌଦ୍ଧ ଗୁମ୍ଫାକୁ ବୁଝାଇଥାଏ । ଏହି ଗୁମ୍ଫାଗୁଡ଼ିକ ମହାରାଷ୍ଟ୍ରର ଔରଙ୍ଗାବାଦ ଜିଲ୍ଲାରେ ଅବସ୍ଥିତ । ଏହି ଗୁମ୍ଫାମାନଙ୍କରେ ପ୍ରସ୍ତରକୁ କାଟି ନିର୍ମିତ ମୂର୍ତ୍ତି ସହିତ ଗୁମ୍ଫା କାନ୍ଥ ଓ ଛାତରେ ବହୁ ସୁନ୍ଦର ଚିତ୍ର ମଧ୍ୟ ଦେଖିବାକୁ ମିଳେ । ମୂର୍ତ୍ତିଗୁଡ଼ିକ ପ୍ରାଚୀନ ଭାରତୀୟ ସ୍ଥାପତ୍ୟ କଳାର ଜୀବନ୍ତ ଦୃଷ୍ଟାନ୍ତ ଏବଂ ଚିତ୍ରଗୁଡ଼ିକରେ ଭାବଭଙ୍ଗୀ ଅତି ନିଖୁଣ ଭାବରେ ପ୍ରକାଶିତ ।ୟୁନେସ୍କୋ (UNESCO) ଅନୁସାରେ ଭାରତୀୟ କଳାକୁ ପ୍ରଭାବିତ କରିଥିବା ବୌଦ୍ଧ ଧାର୍ମିକ କଳାର ଏକ ଶ୍ରେଷ୍ଠ ଉଦାହରଣ ହେଉଛି ଅଜନ୍ତା । ଏହି ଗୁମ୍ଫାଗୁଡ଼ିକ ମୁଖ୍ୟତଃ ଦୁଇଟି ପର୍ଯ୍ୟାୟରେ ନିର୍ମିତ ହୋଇଥିଲା । ପ୍ରଥମ ନିର୍ମାଣ ଖ୍ରୀଷ୍ଟପୂର୍ବ ଦ୍ୱିତୀୟ ଶତାବ୍ଦୀରୁ ଆରମ୍ଭ ହୋଇଥିଲା । ଦ୍ୱିତୀୟ ନିର୍ମାଣ ପାରମ୍ପରିକ ଲେଖା ଅନୁସାରେ ଖ୍ରୀ. ୪୦୦-୬୫୦ ମଧ୍ୟରେ ଓ ନୂତନ ଗବେଷକଙ୍କ ମତରେ ଖ୍ରୀ.
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ୱବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ୱରୂପରାଣୀ ଥିଲା । ସେ ସ୍ୱାଧିନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ଭାରତର ସ୍ୱାଧୀନତା ଦିବସ ଏକ ଭାରତୀୟ ଜାତୀୟ ଦିବସ ଅଟେ । ୧୯୪୭ ମସିହାରେ ଭାରତ ଫିରିଙ୍ଗି ଶାସନରୁ ମୁକ୍ତ ହୋଇ ସ୍ୱତନ୍ତ୍ର ଗଣରାଜ୍ୟରେ ପରିଣତ ହୋଇଥିଲା । ତେଣୁ ଏହି ଦିନକୁ ମନେପକାଇବା ପାଇଁ ପ୍ରତିବର୍ଷ ପନ୍ଦର ଅଗଷ୍ଟକୁ ଭାରତର ସ୍ୱାଧୀନତା ଦିବସ ଭାବରେ ପାଳନ କରାଯାଇଥାଏ । ଏହା ଭାରତର ଏକ ପ୍ରଧାନ ଜାତୀୟ ଦିବସ । ଦେଶ ସାରା, ଏହି ଦିନ ପତାକା ଉତ୍ତୋଳନ କରଯାଇଥାଏ ଓ ଉତ୍ସବମାନ ଅୟୋଜନ କରାଯାଇଥାଏ । ରାଜଧାନୀ ଦିଲ୍ଲୀରେ ଏହି ଦିନ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କ ନିମନ୍ତେ ଜାତୀୟ ପତାକା ଉତ୍ତୋଳନ କରି ଅଭିଭାଷଣ ଦେଇଥାନ୍ତି ଯାହା ଦେଶସାରା ଟି.ଭି.ରେ ଦେଖାଯାଇଥାଏ । ଏହି ଅଭିଭାଷଣରେ ସେ ଦେଶର ପ୍ରଗତି, ଅସୁବିଧା ଓ ତାହାର ସମାଧାନ ଓ ଆଗକୁ ହେବାକୁ ଥିବା ଉନ୍ନତି ଆଦି ବିଷୟରେ ବଖାଣିଥାନ୍ତି । ଭାରତୀୟ ସ୍ୱାଧୀନତା ସଂଗ୍ରାମ ଓ ସଂଗ୍ରାମୀମାନଙ୍କ ଉପରେ ମଧ୍ୟ ସେ ଅଭିଭାଷଣ ରଖିଥାନ୍ତି ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।