ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏହି ଦିନଟିକୁ ସାଧାରଣତନ୍ତ୍ର ଦିବସ ରୂପେ ପାଳନ କରାଯାଏ । ସାଧାରଣତନ୍ତ୍ର ଦିବସରେ ରାଷ୍ଟ୍ରପତି ରାଜଧାନୀ ଦିଲ୍ଲୀର ଲାଲକିଲ୍ଲା ଦୁର୍ଗଠାରେ ଜାତୀୟ ପତାକା ଉତ୍ତୋଳନ କରି ଭାରତୀୟ ସାମରିକ ବାହିନୀ,ଅର୍ଦ୍ଧ ସାମରିକ ବାହିନୀ,ପୁଲିସ ବାହିନୀ ଓ ଦେଶର ବିଭିନ୍ନ ଅଂଚଳରୁ ଆସିଥିବା କ୍ୟାଡେଟ ମାନଙ୍କଠାରୁ ପ୍ୟାରେଡ଼ ଅଭିବାଦନ ଗ୍ରହଣ କରନ୍ତି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଗୋଟିଏ ସ୍ୱାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ୱାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ୱ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଶ୍ରୀନିବାସ ରାମାନୁଜନ FRS ( pronunciation ) (୨୨ ଡିସେମ୍ବର 1887 – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ ’ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନ୍ସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ୱାଧୀନତା ସଂଗ୍ରାମର ଜଣେ ନାୟିକା ଥିଲେ । ସ୍ୱଦେଶ ଓ ସ୍ୱଜାତିକୁ ପରାଧୀନତାର ବନ୍ଧନରୁ ମୁକ୍ତ କରିବା ପାଇଁ ସେ ସଂଗ୍ରାମ କରିଥିଲେ । ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗଚାଳନା, ଅଶ୍ୱାରୋହଣ, ବିଭିନ୍ନ ପ୍ରକାର ଶାରୀରିକ ବ୍ୟାୟାମ, ଦୁର୍ଦ୍ଦାନ୍ତ ହସ୍ତୀମାନଙ୍କୁ ଆୟତ କରିବା ଆଦି କଳାରେ ସେ ପାରଙ୍ଗମ ଥିଲେ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଜଗନ୍ନାଥ ଦାସ (1487-1547) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ପଣ୍ଡିତ ବାଇକୋଳି ମହାପାତ୍ର (୧୬ ଡିସେମ୍ବର ୧୯୦୮ - ୨୦ ଡିସେମ୍ବର ୧୯୭୭) ଏକାଧାରରେ ଜଣେ ସାହିତ୍ୟିକ, ଐତିହାସିକ, ଶିକ୍ଷାବିତ୍ ଓ ସଂଗଠକ ଥିଲେ । ସେ ଗଞ୍ଜାମ ଜିଲ୍ଲାର ଖଲିକୋଟ ଅନ୍ତର୍ଗତ ବାଲୁଙ୍କେଶ୍ୱର ଶାସନରେ ୧୯୦୮ରେ ଜନ୍ମ ଗ୍ରହଣ କରିଥିଲେ। ତାଙ୍କ ଅଗ୍ରଜମାନେ ଅକାଳରେ ମରି ଯାଉଥିବାରୁ ତାଙ୍କ ପିତାମାତା ଅପମୃତ୍ୟୁ ଟଳାଇବା ଉଦ୍ଦେଶ୍ୟରେ ତାଙ୍କର ନାମ ବାଇକୋଳି (ବିଷାକ୍ତ କୋଳି) ରଖିଥିଲେ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଗୋପାଳ ଚନ୍ଦ୍ର ପ୍ରହରାଜ (୧୮୭୪-୧୯୪୫) ଜଣେ ଖ୍ୟାତନାମା ଓଡ଼ିଆ ଭାଷାବିଦ, ଲେଖକ ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ଏକ ସମ୍ଭ୍ରାନ୍ତ ଜମିଦାର ବ୍ରାହ୍ମଣ ପରିବାରରେ ହୋଇଥିଲା । ପେଷାରେ ଜଣେ ଓକିଲ ହୋଇଥିଲେ ମଧ୍ୟ ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।
ଭାରତୀୟ ସମ୍ବିଧାନର ମୁଖବନ୍ଧ ଓ ମୌଳିକ ବୈଶିଷ୍ଟ୍ୟ
ଭାରତୀୟ ସମ୍ବିଧାନର ବୈଶିଷ୍ଟ୍ୟ ବର୍ଣ୍ଣନା କଲାବେଳେ କେତେକ ପ୍ରଧାନ ବ୍ୟବସ୍ଥା ପ୍ରତି ଦୃଷ୍ଟିଦେବାକୁ ହୁଏ ।
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ହାଡ଼ଫୁଟି, (ଇଂରାଜୀରେ Chickenpox ବା varicella), ଏକ ଅତ୍ୟଧିକ ସଂକ୍ରାମକ ରୋଗ (contagious) ବା ଛୁଆଁ ରୋଗ ଯାହା ଭାରିସେଲା ଜୋସ୍ଟର ଭୁତାଣୁଦ୍ୱାରା ହୁଏ ଓ ରୋଗୀ ସଂସ୍ପର୍ଶରେ ଆସିଲେ ହୁଏ । ଏହି ରୋଗର ବିଶେଷତା ହେଲା ଛୋଟ ଛୋଟ ଗଲୁକାରୀ ଫୋଟକା (small blisters) ହୋଇ ଅବଶେଷରେ ତା ଉପରେ ବକଳା ହୁଏ । ଏହା ମୁହଁ, ଛାତି ଓ ପିଠିରେ ଆରମ୍ଭ ହୋଇ ଦେହା ସାରା ମାଡ଼ିଯାଏ । ଅନ୍ୟାନ୍ୟ ଲକ୍ଷଣ ମଧ୍ୟରେ ଜ୍ୱର, ଥକ୍କାଣ ଓ ମୁଣ୍ଡବଥା ହୁଏ । ଏହି ଲକ୍ଷଣ ଗୁଡ଼ିକ ୫ରୁ ୧୦ ଦିନ ପର୍ଯ୍ୟନ୍ତ ରହେ । ରୋଗ ଜଟିଳ ହେଲେ ନିମୋନିଆ, ଏନ୍କେଫାଲାଇଟିସ କିମ୍ବା ଚର୍ମରେ ଜୀବାଣୁ ସଂକ୍ରମଣ ହୁଏ । ପିଲାଙ୍କ ଅପେକ୍ଷା ବଡ଼ମାନଙ୍କୁ ଏହି ରୋଗ ଅଧିକ ମାରାତ୍ମକ ହୁଏ । ଭୁତାଣୁ ସଂସ୍ପର୍ଶରେ ଆସିବାର ୧୦ରୁ ୨୦ ଦିନ ପରେ ଲକ୍ଷଣ ଆରମ୍ଭ ହୁଏ । ହାଡ଼ଫୁଟି ଏକ ବାୟୁବାହିତ ରୋଗ ଯାହା ରୋଗୀର କାଶ ଓ ଛିଙ୍କଦ୍ୱାରା ସହଜରେ ବିସ୍ତାର ଲାଭ କରେ । ଫୋଟକା ବା ରାସ ବାହାରିବାର ୨ ଦିନ ପୂର୍ବରୁ ଏହା ବ୍ୟାପିଯାଏ ଓ ସବୁ ଫୋଟକା ବକଳା ହୋଇସାରିବା ପର୍ଯ୍ୟନ୍ତ ସଂକ୍ରାମକ ହୋଇ ରହେ । ଫୋଟକାକୁ ଛୁଇଁଲେ ମଧ୍ୟ ଏହା ବ୍ୟାପିଯାଏ । ହର୍ପିସ ଜୋସ୍ଟର ରୋଗୀ ହାଡ଼ଫୁଟି ରୋଗକୁ ଫୋଟକା ଇମ୍ମୁନିଟି ନ ଥିବା ଲୋକଙ୍କୁ ବ୍ୟାପିବାରେ ସାହାଯ୍ୟ କରନ୍ତି । ରୋଗୀର ଲକ୍ଷଣ ଦେଖି ସାଧାରଣତଃ ରୋଗ ନିର୍ଣ୍ଣୟ କରାଯାଏ; ଯଦିଓ ଅସାଧାରଣ କେଶରେ ବକଳା ବା ଫୋଟକା ତରଳ ପଦାର୍ଥ ନେଇ ପଲିମରେଜ୍ ଚେନ ରିଆକ୍ସନ ପରୀକ୍ଷା କରି ରୋଗ ନିର୍ଣ୍ଣୟ କରାଯାଏ । ରୋଗୀର ଇମ୍ମ୍ୟୁନିଟି ଅବସ୍ଥ ଯାଞ୍ଚ କରିବା ନିମନ୍ତେ ଆଣ୍ଟିବଡି ପରୀକ୍ଷା କରାଯାଏ । ଏହି ରୋଗ ସାଧାରଣତଃ ଲୋକଙ୍କୁ ଥରେ ମାତ୍ର ହୁଏ । ହାଡ଼ଫୁଟି ଟିକା ଦେବା ଫଳରେ ରୋଗ ସଂଖ୍ୟା ଓ ଜଟୀଳତା କମିଯାଇଛି । ଟିକାଦ୍ୱାରା ଏହି ରୋଗରୁ ୭୦ରୁ ୯୦ % ଲୋକ ଉପକୃତ ହେଉଛନ୍ତି । ପିଲାମାନଙ୍କୁ ନିୟମିତ ହାଡ଼ଫୁଟି ଟିକା ଦେବାକୁ ଅନେକ ଦେଶରେ ସୁପାରିସ କରାଯାଏ । ରୋଗୀ ସଂସ୍ପର୍ଶରେ ଆସିବାର ୩ ଦିନ ମଧ୍ୟରେ ପିଲାମାନେ ଟିକା ନେଲେ ଫଳାଫଳ ଉନ୍ନତି କରେ । ରୋଗ ହୋଇସାରିବା ପରେ ଗଲୁରୁ ରକ୍ଷା ପାଇବା ନିମନ୍ତେ କାଲାମିନ ଲୋସନ ଲଗେଇବାକୁ ଦିଆଯାଏ, ନଖ କାଟି ଛୋଟ କରିବାକୁ ଉପଦେଶ ଦିଆଯାଏ ଯାହା ଫଳରେ କୁଣ୍ଡେଇଲେ ଆଘାର ହେବ ନାହିଁ, ଜ୍ୱର ହେଲେ ଆସେଟାମିନୋଫେନ ବା ପାରାସେଟାମୋଲ ଦିଆଯାଏ । ରୋଗ ଜଟିଳ ହେବା ଆଶଙ୍କା ଥିଲେ ଆସାଇକ୍ଲୋଭିର ଭଳି ଭୁତାଣୁରୋଧୀ ଔଷଧ ଦିଆଯାଏ । ପୃଥିବୀର ସବୁ ସ୍ଥାନରେ ହାଡ଼ଫୁଟି ହୁଏ । ନିୟମିତ ଟିକା ଦିଆଯିବା ପୂର୍ବରୁ ପ୍ରତି ବର୍ଷ ଜନ୍ମ ହେଉଥିବା ପିଲା ସଂଖ୍ୟା ସଙ୍ଗେ ହାଡ଼ଫୁଟି ରୋଗୀ ସଂଖ୍ୟା ସମାନ ରହୁଥିଲା । ଆମେରିକାରେ ଟିକା ଦିଆଯିବା ପରେ ଏହି ରୋଗ ସଂକ୍ରମଣ ୯୦% କମିଯାଇଛି । ପୃଥିବୀରେ ସନ ୧୯୯୦ରେ ଏହି ରୋଗମୃତ୍ୟୁ ସଂଖ୍ୟା ୮୯୦୦ ହୋଇଥିବା ବେଳେ ସନ ୨୦୧୩ରେ ଏହା କମିଯାଇ ୭,୦୦୦ ମାତ୍ର ହୋଇଥିଲେ । ପ୍ରତି ୬୦,୦୦୦ ରୋଗୀ ମଧ୍ୟରୁ ଜଣେ ମୃତ୍ୟୁ ବରଣ କରୁଥିଲା । ଊନବିଂଶ ଶତାବ୍ଦୀର ଶେଷ ଭାଗ ପର୍ଯ୍ୟନ୍ତ ଏହି ରୋଗ ବସନ୍ତ ରୋଗଠାରୁ ଅଲଗା ବୋଲି ଜଣା ନ ଥିଲା । ସନ ୧୮୮୮ରେ ହର୍ପିସ ଜୋସ୍ଟର ସହ ଏହାର ସମ୍ପର୍କ ନିରୂପଣ କରାଯାଇ ଥିଲା । ସନ ୧୬୮୪ରେ ପ୍ରଥମେ ଚିକେନପକ୍ସ ବା ହାଡ଼ଫୁଟି ନାମରେ ଏହି ରୋଗ ଲିପିବଦ୍ଧ ହୋଇଥିଲା । ଏହି ନାମ କାହିଁକି ବ୍ୟବହୃତ ହୋଇଥିଲା ତାହା ଜଣାନାହିଁ, ବୋଧହୁଏ ରୋଗ ଅପେକ୍ଷାକୃତ ମୃଦୁ ହୋଇଥିବାରୁ ଏହାର ନାମ ସାଥୀରେ ଚିକେନ ଯୋଡ଼ି ଦିଆଯାଇଥିଲା ।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ୱରୂପରାଣୀ ଥିଲା । ସେ ସ୍ୱାଧିନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
୧୮୧୭ ମସିହାରେ ଇଂରେଜ ସରକାର ବିରୁଦ୍ଧରେ ଓଡ଼ିଶାରେ ପ୍ରଥମ ବିଦ୍ରୋହ ହୋଇଥିଲା , ଯାହାର ନାମ ପାଇକ ବିଦ୍ରୋହ ବା ଖୋର୍ଦ୍ଧା ବିଦ୍ରୋହ । ଏହାକୁ ପାଇକ ବିଦ୍ରୋହ କୁହାଯାଉଥିଲେହେଁ ପ୍ରକୃତରେ ଏହା ଥିଲା ଭାରତର ପହିଲି ସ୍ୱାଧୀନତା ଲଢ଼େଇ । ଏହାର ନେତୃତ୍ୱ ନେଇଥିଲେ ସଂଗ୍ରାମ ବୀର ବକ୍ସି ଜଗବନ୍ଧୁ ବିଦ୍ୟାଧର ମହାପାତ୍ର ଭ୍ରମରବର ରାୟ । ନିଜର ଯୋଗ୍ୟତା ବଳରେ ସେ ଖୋର୍ଦ୍ଧା ରାଜାଙ୍କର ସେନାପତି ହୋଇପାରିଥିଲେ । ପାଇକ ସର୍ଦାରମାନଙ୍କର ସମ୍ମିଳିତ ସହଯୋଗରେ ୧୮୧୭ ମସିହାରେ ସେ ପାଇକ ବିଦ୍ରୋହର ନେତୃତ୍ୱ ନେଇଥିଲେ । ଇଂରେଜମାନଙ୍କର କଠୋର ଦମନ ନୀତି ସତ୍ତ୍ୱେ ବକ୍ସିଙ୍କ ବୀରତ୍ୱ ଓ ପାଇକମାନଙ୍କର ମିଳିତ ସଂଘର୍ଷ ଯୋଗୁଁ ବିଦ୍ରୋହ ଦମନ କରିବା ସହଜ ହୋଇନଥିଲା । ଦୀର୍ଘଦିନ ଧରି ସଂଗ୍ରାମ ଚାଲୁ ରଖିବାପରେ ଅନେକ ପାଇକ ସର୍ଦାର ଧରାପଡ଼ି ଦ୍ୱୀପାନ୍ତର ଦଣ୍ଡ ଭୋଗିଥିଲେ । ବହୁଦିନ ଜଙ୍ଗଲରେ ଲୁଚି ସଂର୍ଘଷ କରିବା ପରେ ବକ୍ସି ନିଜେ ଆତ୍ମ ସମର୍ପଣ କରିଥିଲେ ।
ବ୍ୟାଙ୍କ ହେଉଛି ଏକ ଆର୍ଥିକ ସଂସ୍ଥା ଯାହା ଜନସାଧାରଣଙ୍କ ଠାରୁ ଜମା ଗ୍ରହଣ କରି ଋଣ ପ୍ରଦାନ କରିଥାଏ । କମ୍ ସୁଧ ହାରରେ ଜମା ଗ୍ରହଣ କରି ଅଧିକ ହାରରେ ଋଣ ଦେଇ ବ୍ୟାଙ୍କମାନେ ବ୍ୟବସାୟ କରିଥାଆନ୍ତି । ଭାରତୀୟ ରିଜର୍ଭ ବ୍ୟାଙ୍କ ହେଉଛି ଦେଶରେ ବ୍ୟାଙ୍କ ମାନଙ୍କର ନିୟାମକ । ଜମା, ଋଣର ସୁଧହାର ସମେତ ଅନ୍ୟାନ୍ୟ ଅନେକ ନିୟମ ଭାରତୀୟ ରିଜର୍ଭ ବ୍ୟାଙ୍କ ପ୍ରଣୟନ କରିଥାଏ ।
ବଳଦେବ ରଥ (୧୭୮୯ - ୧୮୪୫) ଗଞ୍ଜାମ ଜିଲ୍ଲାର ଜଣେ ଓଡ଼ିଆ ରୀତି ଯୁଗର କବି । ସେ କବିସୂର୍ଯ୍ୟ ଭାବେ ପରିଚିତ । ଏକାଧାରରେ ଜଣେ କବି ଓ ସଙ୍ଗୀତକାର ଭାବରେ କବିତା, ଚମ୍ପୂ ଆଦିର ରଚନା କରି ସ୍ୱରସଂଯୋଜନା କରିଥିଲେ । ଗଞ୍ଜାମ ଜିଲ୍ଲାର ଢୁମ୍ପା ସଙ୍ଗୀତକୁ କବିସୂର୍ଯ୍ୟ ଆରମ୍ଭ କରିଥିଲେ ଓ ଗୀତ ରଚନା କରିଥିଲେ । ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ଭାରତୀୟ ସଂସଦର ୨୦୧୯ ନାଗରିକତା (ସଂଶୋଧନୀ) ନିୟମ ୧୯୫୫ ନାଗରିକତା ନିୟମର ସଂଶୋଧନ କରି ପାକିସ୍ତାନ, ବଙ୍ଗଳାଦେଶ ଓ ଆଫଗାନିସ୍ତାନର ଧାର୍ମିକ ସଂଖ୍ୟାଲଘୁମାନଙ୍କୁ ଭାରତୀୟ ନାଗରିକତା ପ୍ରଦାନ ପାଇଁ ପଥ ପ୍ରସ୍ତୁତ କରିଥାଏ । ଏଥି ପାଇଁ ଯୋଗ୍ୟ ସଂଖ୍ୟାଲଘୁମାନେ ହେଲେ ହିନ୍ଦୁ ଶିଖ, ବୌଦ୍ଧ, ଜୈନ, ପାର୍ସୀ ଓ ଖ୍ରୀଷ୍ଟିଆନ । ମୁସଲିମମାନେ ଏଥି ପାଇଁ ଯୋଗ୍ୟ ନୁହଁନ୍ତି । ଏଥି ପାଇଁ ଯୋଗ୍ୟ ବିବେଚିତ ହେବା ନିମନ୍ତେ ପ୍ରାର୍ଥୀମାନେ ୨୦୧୪ ଡିସେମ୍ବର ୩୧ ଆଗରୁ ଭାରତରେ ପ୍ରବେଶ କରିଥିବା ଓ ନିଜ ମୂଳ ଦେଶରେ "ଧର୍ମଗତ ଅତ୍ୟାଚାର ସହିଥିବା ବା ଧର୍ମଗତ ଅତ୍ୟାଚାରର ଭୟ ଥିବା" ବିଧେୟ । ଏହି ନିୟମ ଉପୋରକ୍ତ ସଂଖ୍ୟାଲଘୁମାନଙ୍କ ପାଇଁ ନାଗରିକତାର ଆବଶ୍ୟକତାକୁ କୋହଳ କରି ୧୧ ବର୍ଷରୁ ୫ ବର୍ଷ କରିଥିଲା କ୍ଷମତାସୀନ ଭାରତୀୟ ଜନତା ପାର୍ଟି ତା'ର ୨୦୧୪ ନିର୍ବାଚନ ଇସ୍ତାହାରରେ ପ୍ରତିଶ୍ରୁତି ଦେଇଥିଲା ଯେ ତାହା ହିନ୍ଦୁ ଶରଣାର୍ଥୀମାନଙ୍କୁ ଏକ ପ୍ରାକୃତିକ ବାସଭୂମି ଯୋଗାଇବ । ସେହି ଦିନରୁ ଏହି ଭଳି ଶରଣାର୍ଥୀମାନଙ୍କ ବାବଦରେ ଖବର ପ୍ରକାଶ ପାଇଆସୁଥିଲା । ୨୦୧୫ରେ ସରକାର ଏଭଳି ଶରଣାର୍ଥୀମାନଙ୍କୁ ସେମାନଙ୍କ ଯାତାୟତ ନଥି ଓ ଦୀର୍ଘମିଆଦି ଭିସା ପ୍ରଦାନ ପାଇଁ ନିର୍ଦ୍ଦେଶ ଦେବା ଆରମ୍ଭ କରିଥିଲା । ଇଣ୍ଟେଲିଜେନ୍ସ ବ୍ୟୁରୋ ଅନୁସାରେ ପ୍ରାୟ ସମସ୍ତ ହିନ୍ଦୁ କିମ୍ବା ଶିଖ ଧର୍ମାବଲମ୍ବୀ ଥିବା ୩୦,୦୦୦ ଶରଣାର୍ଥୀ ଏହି ନିୟମ ସଂଶୋଧନୀଦ୍ୱାରା ଉପକୃତ ହୋଇଛନ୍ତି ବା ହେବେ ।ଭାରତର ଧର୍ମନିରପେକ୍ଷ ସମ୍ବିଧାନ ଓ ତା'ର ୧୪ତମ ଧାରାର ଉଲ୍ଲଂଘନ କରୁଥିବାରୁ ଏହି ସଂଶୋଧନୀ ନିୟମ ଭାରତ ଓ ବିଦେଶରେ ସମାଲୋଚିତ ହୋଇଛି ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଲାଇସର୍ଜିକ ଏସିଡ ଡାଇଏଥିଲାମାଇଡ (ଇଂରାଜୀ ଭାଷାରେ Lysergic acid diethylamide/ LSD, ଅନ୍ୟ ଡାକ ନାମ ଏସିଡ/ acid) ଏକ ହାଲୁସିନୋଜେନ (hallucinogen) ସୃଷ୍ଟିକାରୀ ଔଷଧ । ଏହାର ପ୍ରଭାବରେ ଭାବନା, ଅନୁଭବ ଓ ପରିବେଶ ବିଷୟରେ ମନରେ ପରିବର୍ତ୍ତନ ସୃଷ୍ଟି ହୁଏ । ଏହାର ବ୍ୟବହାରକାରୀମାନେ ପ୍ରକୃତରେ ନଥିବା ଦୃଶ୍ୟ ଦେଖନ୍ତି ଓ ନଥିବା ଶବ୍ଦ ଶୁଣନ୍ତି ଯାହାକୁ ହାଲୁସିନେସନ (see or hear things that do not exist|) କୁହାଯାଏ । ଏହି କ୍ଷେତ୍ରରେ ଆଖି ପିତୁଳା ବଡ଼ ହୋଇଯାଏ (Dilated pupils), ରକ୍ତଚାପ ବୃଦ୍ଧି ହୁଏ ଓ ଶରୀର ଉତ୍ତାପ ବଢ଼ିଯାଏ । ଏହି ପ୍ରଭାବ ପ୍ରାୟ ୧/୨ ଘଣ୍ଟା ମଧ୍ୟରେ ଆରମ୍ଭ ହୋଇ ୧୨ ଘଣ୍ଟା ପର୍ଯ୍ୟନ୍ତ ରହିପାରେ । ମୁଖ୍ୟତଃ ଏହା ମନୋରଞ୍ଜନ (recreational drug) ଓ ଆଧ୍ୟାତ୍ମିକ (spiritual reasons) କାରଣ ନିମନ୍ତେ ବ୍ୟବହାର କରାଯାଏ ।ଏଲଏସଡି ନିଶାଦ୍ରବ୍ୟ (adictive) ଭଳି ଜଣାଯାଏନାହିଁ କିନ୍ତୁ ଅଧିକ ସେବନ କଲେ ସହ୍ୟ ଶକ୍ତି (tolerance) ବଢ଼ିଯାଏ । ବିପରୀତ ମାନସିକ ପ୍ରତିକ୍ରିୟା ଯେପରିକି ଉଦ୍ବେଗ, ପାରାନୋଇଆ (paranoia) ଓ ଡିଲ୍ୟୁଜନ (delusion) ହେବା ସମ୍ଭାବନା ରହିପାରେ । ଏହି ଔଷଧ ସେବନ ବନ୍ଦ କଲାପରେ ମଧ୍ୟ ବିକ୍ଷୁବ୍ଧ ପୂର୍ବଘଟଣାମାନ (flashbacks) ଦୃଶ୍ୟ ହୋଇପାରେ ଯାହାକୁ ହାଲୁସିନୋଜେନ ପର୍ସିସ୍ଟିଙ୍ଗ ପର୍ସେପସନ ଡିଜଅର୍ଡ଼ର (hallucinogen persisting perception disorder) କୁହାଯାଏ । ଏହା ଯୋଗୁ କ୍ୱଚିତ୍ ମୃତ୍ୟୁ ହୁଏ ଓ ଦୁର୍ଘଟଣା ଯୋଗୁ ବେଳେବେଳ ହୁଏ । ସେରୋଟିନି ସିସ୍ଟମ serotonin system ପରିବର୍ତ୍ତନ ଯୋଗୁ ଏହି କ୍ରିୟା ହେଉଥିବା ବିଶ୍ୱାସ କରାଯାଏ । କୋଡ଼ିଏ ମାଇକ୍ରୋଗ୍ରାମ ଏହି ପ୍ରଭାବ ଆଣିପାରେ । ବିଶୁଦ୍ଧ ଏଲଏସଡିର ରଙ୍ଗ ଧଳା, ଗନ୍ଧହୀନ ଓ କ୍ରିସ୍ଟାଲାଇନ (crystalline) ଥାଏ । ଅଲଟ୍ରାଭାୟୋଲେଟ ରଶ୍ମୀ (ultraviolet light) ପଡ଼ିଲେ ଏହା ଭାଙ୍ଗିଯାଏ ।ସନ ୨୦୧୭ରେ ଯୁକ୍ତରାଷ୍ଟ୍ର ଆମେରିକାରେ ପ୍ରାୟ ୧୦% ଲୋକ ତାଙ୍କ ଜୀବନରେ ଏଲଏସଡି ବ୍ୟବହାର କରିଥଲେ ଓ ବିଗତ ବର୍ଷ ପ୍ରାୟ ୦.୭% ଲୋକ ବ୍ୟବହାର କରିଥିଲେ । ୧୯୬୦ରୁ ୧୯୮୦ ଦଶକ ମଧ୍ୟରେ ଏହା ଅତି ଲୋକପ୍ରିୟ ଥିଲା । ଏଲଏସଡି ଗିଳିଦିଆଯାଉଥିଲା ବା ଜିଭ ତଳେ ରଖାଯାଉଥିଲା । ଏହା ବ୍ଲଟିଙ୍ଗ ପେପରରେ (blotter paper) ଅଧିକାଂଶ ସମୟରେ ବିକ୍ରୟ ହେଉଥିଲା ଓ କଦାଚିତ ବଟିକା ବା ଜେଲାଟିନ (gelatin) ଆକାରରେ ବିକ୍ରୟ ହେଉଥିଲା । ନିଶାଗ୍ରସ୍ତ ଲୋକଙ୍କ ନିମନ୍ତେ କୌଣସି ଜଣାଶୁଣା ଚିକିତ୍ସା ନାହିଁ । ଏରଗଟ (ergot) ନାମକ ଏକ କବକରୁ ମିଳୁଥିବା ଲାଇସର୍ଜିକ ଏସିଡ (lysergic acid) ସହିତ ରାସାୟନିକ ସିନଥେସିସ କରି (made) ଆଲବର୍ଟ ହଫମ୍ୟାନ (Albert Hofmann) ପ୍ରଥମେ ସନ ୧୯୩୮ରେ ଏଲଏସଡି ପ୍ରସ୍ତୁତ କରିଥିଲେ । ଏହାର ହାଲୁସିନୋଜେନିକ ଗୁଣ ସନ ୧୯୪୩ରେ ହଫମ୍ୟାନ ଆବିଷ୍କାର କରିଥିଲେ । ୧୯୫୦ ଦଶକରେ ସିଆଇଏ (Central Intelligence Agency/ CIA) ସଂସ୍ଥା କେତେକ ଲୋକଙ୍କ ଉପରେ ତାଙ୍କ ଅଗୋଚରରେ ମାନସିକ ନିୟନ୍ତ୍ରଣ ସମ୍ଭାବନା ନିମନ୍ତେ ପରୀକ୍ଷା ନିରୀକ୍ଷା କରିଥିଲେ ଯାହାର ନାମ ଏମକେଅଲ୍ଟ୍ର ଥିଲା । ୧୯୫୦ ଓ ୧୮୬୯ ଦଶକମାନଙ୍କରେ ଏଲଏସଡି ଗବେଷଣା ନିମନ୍ତେ ଡେଲିସିଡ ନାମରେ ଏକ ଔଷଧ ଭାବରେ ବିକ୍ରୟ ହୋଇଥିଲା । ସନ ୧୯୭୧ରେ ଏହା ନିୟନ୍ତ୍ରିତ ପଦାର୍ଥ (schedule 1 controlled substance) ଭାବରେ ଚିଠା କରାଗଲା । ଅଧୁନା ଏହାର କୌଣସି ଚିକିତ୍ସାରେ ବ୍ୟବହାର ନିମନ୍ତେ ସମ୍ମତି ନାହିଁ । ୟୁରୋପରେ ସନ ୨୦୧୧ରେ ଏହା ଏକ ମାତ୍ରାର ମୂଲ୍ୟ ପ୍ରାୟ ୪.୫୦ରୁ ୨୫ ଯୁରୋ ଥିଲା ।
ପୁର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ ୧୯୩୦ରୁ ୧୯୪୦ ଭିତରେ ପ୍ରକାଶିତ ଏକ ବିଶାଳ ୭ ଖଣ୍ଡ ଓ ୯୫୦୦ ପୃଷ୍ଠାର ଓଡ଼ିଆ ଭାଷାକୋଷ ଯାହା ମୁଖ୍ୟତଃ ଗୋପାଳ ଚନ୍ଦ୍ର ପ୍ରହରାଜ (୧୮୭୪-୧୯୪୫) ଓ ତାଙ୍କର କେତେଜଣ ସହକର୍ମୀଙ୍କ ପ୍ରଚେଷ୍ଟା ଓ କେତେବର୍ଷର କଠିଣ ପରିଶ୍ରମରୁ ତିଆରି ହୋଇଥିଲା । ଏହା ଥିଲା ପ୍ରଥମ ଓଡ଼ିଆ ଭାଷାକୋଷ ।ଗୋପାଳ ଚନ୍ଦ୍ର ପ୍ରହରାଜ କେବଳ ଏଥି ନିମନ୍ତେ ଶବ୍ଦ ଖୋଜିବା ଓ ଏହାର ସମ୍ପାଦନା କରିନଥିଲେ, ସେ ଏହା ପାଇଁ ସର୍ବସାଧାରଣ ଅନୁଦାନ ଓ ଛପା ଖର୍ଚ ମଧ୍ୟ ବହନ କରିଥିଲେ ।
ପାଣିପାଗ (ଇଂରାଜୀ ଭାଷାରେ Weather) ବାୟୁମଣ୍ଡଳର (atmosphere) ଏକ ଅବସ୍ଥାକୁ ବୁଝାଏ ଯେଉଁଥିରୁ ପାଗ କେତେ ଡିଗ୍ରୀ ଗରମ ବା ଥଣ୍ଡା, ଓଦା ବା ଶୁଷ୍କ, ଶାନ୍ତ ବା ତୋଫାନୀ, ପରିଷ୍କାର ବା ମେଘୁଆ ରହିବ, ତାହାର ବର୍ଣ୍ଣନା ମିଳେ । ଅଧିକାଂଶ ପାଗ ପରିବର୍ତ୍ତନ ବାୟୁମଣ୍ଡଳର ସ୍ଟ୍ରାଟୋସ୍ଫିଅରର (stratosphere) ଠିକ୍ ତଳ ଭାଗରେ ଥିବା ଟ୍ରୋଫୋସ୍ଫିଅରରେ (troposphere) ହୁଏ । ଦୈନନ୍ଦିନ ଉତ୍ତାପ ଓ ପ୍ରେସିପିଟେସନ (precipitation) କାର୍ଯ୍ୟକଳାପକୁ ପାଣିପାଗ କୁହାଯାଏ ଓ ଦୀର୍ଘ ସମୟରେ ପାଗର ହାରାହାରି ଅବସ୍ଥାକୁ ଜଳବାୟୁ (climate) କୁହାଯାଏ । ନିର୍ଦ୍ଧିଷ୍ଟ ଭାବରେ କୌଣସି ବିଷୟର ଅବତାରଣା ନଥିଲେ ପାଣିପାଗକୁ ପୃଥିବୀର (Earth) ପାଣିପାଗ ବୁଝାଏ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନ ଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବ ଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ଚଉତିଶା ଏବଂ କୋଇଲି ପୁରାତନ ଓଡ଼ିଆ ସାହିତ୍ୟରେ ବ୍ୟବହାର ହେଉଥିବା ପଦାବଳି ଦେଖିବାକୁ ମିଳେ । ଚଉତିଶାରେ ‘କ'ରୁ ‘କ୍ଷ' ପର୍ଯନ୍ତ ୩୪ଟି ପଦରେ ରଚନା ଥିଲାବେଳେ କୋଇଲି ଗୁଡିକ ଏକ କୋଇଲିକୁ ସମ୍ବୋଧନ କରି ରଚନା କରାଯାଇଥାଏ । ପ୍ରାଚୀନତମ କେତୋଟି କବିତା ଉଭୟ କୋଇଲି ଏବଂ ଚଉତିଶାକୁ ନେଇ ରଚିତ । କବି ମାର୍କଣ୍ଡ ଦାସଙ୍କ କେଶବ କୋଇଲି ଏଶ୍ରେଣୀର ସର୍ବ ପ୍ରଥମ ରଚନା । କଂସର ନିମନ୍ତ୍ରଣରେ କୃଷ୍ଣ ଅକୃରଙ୍କ ସହ ମଥୁରା ଗଲାପରେ ଯଶୋଦାଙ୍କ ବିଳାପକୁ ନେଇ ଏହା ରଚିତ । ଏହି ପଦ୍ୟାବଳିରେ ଓଡ଼ିଆ ସମାଜରେ ଲୋକକଥନରେ ବ୍ୟବହାର ହେଉଥିଲା । ଆଦିମ କାଳରୁ ଇଂରାଜୀ ଶିକ୍ଷାର ପ୍ରଚଳନ ପର୍ଯ୍ୟନ୍ତ ପ୍ରତ୍ୟେକ ଚାଟଶାଳୀରେ ବର୍ଣ୍ଣମାଳା ଶିଖିବା ପରେ ପରେ ଏହାକୁ ପଢ଼ାଯାଉଥିଲା । କେଶବ କୋଇଲି ରଚିତ ହେବା ପରେ ପରେ ଅନେକ ଗୁଡିଏ କୋଇଲି-ଚଉତିଶା ଓଡ଼ିଆରେ ରଚିତ ହୋଇଛି । ସେଗୁଡିକ ମଧ୍ୟରେ ବଳରାମ ଦାସଙ୍କ କାନ୍ତ କୋଇଲି, ନାଥିଆ ଲୋକନାଥଙ୍କ ଜ୍ଞାନୋଦୟ କୋଇଲି ଆଦି ପ୍ରମୁଖ ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ୱାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଋଣ ହେଉଛି ଜଣେ, ଅନେକ ବ୍ୟକ୍ତି କିମ୍ବା କୌଣସି ସଂସ୍ଥା ଇତ୍ୟାଦି କାହାଠୁ ଟଙ୍କା ଧାର ବା ବାକି ଆଣିଥିଲେ କୁହାଯାଇଥାଏ । ରୁଣକର୍ତ୍ତା ବା ଧାରୁଆ ସମ୍ପୂର୍ଣ୍ଣରୂପେ ମୂଳଧନ ଶୁଝିଲା ପର୍ଯ୍ୟନ୍ତ ପୂର୍ବ ନିର୍ଦ୍ଧାରିତ ସୁଧ ସହିତ ପରିଶୋଧ କରିବାକୁ ପଡିଥାଏ । ସାଧାରଣତଃ ଏକ ଦଲିଲରେ ଅନ୍ୟାନ୍ୟ ଦରକାରୀ ତଥ୍ୟ ସହିତ ଋଣ ନେଇଥିବା ମୂଳଧନ, ଋଣଦାତାଙ୍କୁ ମିଳିବାକୁ ଥିବା ବାର୍ଷିକ ସୁଧ, ଋଣକର୍ତ୍ତାଙ୍କର ପରବର୍ତ୍ତୀ ଟଙ୍କା ଦେବା ତାରିଖ ଇତ୍ୟାଦି ଲେଖାଥାଏ ।
ଫିଫା ବିଶ୍ୱକପ (ଈଂରାଜୀରେ FIFA World Cup) ହେଉଛି ଅନ୍ତର୍ଜାତୀୟ ଫୁଟବଲ୍ ସଂଘଦ୍ୱାରା ଆୟୋଜିତ ଏକ ଫୁଟବଲ୍ ପ୍ରତିଯୋଗିତା । ଲୋକେ ଏହାକୁ ଫୁଟବଲ୍ ବିଶ୍ୱକପ ବୋଲି ମଧ୍ୟ କହିଥାନ୍ତି । ଏଥିରେ ବିଶ୍ୱର ଫୁଟବଲ୍ ପରିଚାଳକ ସଂସ୍ଥା ଫିଫା (Fédération Internationale de Football Association - FIFA)ର ସଦସ୍ୟ ରାଷ୍ଟ୍ରମାନେ ଅଂଶ ଗ୍ରହଣ କରିଥାନ୍ତି । ୧୯୩୦ ମସିହାରେ ପ୍ରଥମ ଥର ପାଇଁ ଆରମ୍ଭ ହୋଇଥିବା ଏହି ପ୍ରତିଯୋଗିତା ପ୍ରତି ୪ ବର୍ଷରେ ଥରେ ଅନୁଷ୍ଠିତ ହୋଇଥାଏ । ୧୯୪୨ ଓ ୧୯୪୬ ମସିହାରେ ଦ୍ୱିତୀୟ ବିଶ୍ୱଯୁଦ୍ଧ ଚାଲିଥିବା ଯୋଗୁଁ ଫୁଟବଲ୍ ବିଶ୍ୱକପ ଆୟୋଜିତ ହୋଇନଥିଲା । ସଦ୍ୟ ସମାପ୍ତ ହୋଇଥିବା (୨୦୧୮ ମସିହାରେ ଋଷିଆରେ ଅନୁଷ୍ଠିତ) ବିଶ୍ୱକପ ପ୍ରତିଯୋଗିତାରେ ଫ୍ରାନ୍ସ ବିଶ୍ୱବିଜେତା ଦଳ ହେବାର ଗୌରବ ଲାଭ କରିଥିଲା ।
ଚନ୍ଦ୍ରଗୁପ୍ତ ଓ ବିନ୍ଦୁସାରଙ୍କ ରାଜତ୍ୱ କାଳରେ କଳିଙ୍ଗ ଏକ ଶକ୍ତିଶାଳୀ ଓ ସ୍ୱାଧୀନ ରାଷ୍ଟ୍ର ଥିଲା । କିନ୍ତୁ ଅଶୋକ ରାଜ୍ୟାଭିଷେକର ଅଷ୍ଟମବର୍ଷରେ ଅର୍ଥାତ ଖ୍ରୀ.ପୂ:୨୬୧ରେ କଳିଙ୍ଗ ଆକ୍ରମଣ କରି ଜୟଲାଭ କରିଥିଲେ । ତାଙ୍କର ତ୍ରୟୋଦଶ ଶିଳାନୁଶାସନରେ କଳିଙ୍ଗ ଯୁଦ୍ଧର ରୋମାଞ୍ଚକର ବିଭୀଷିକା ବର୍ଣ୍ଣିତ ହୋଇଛି । ଏହି ଯୁଦ୍ଧରେ ଏକଲକ୍ଷ ଲୋକ ନୀହତ ହୋଇଥିଲେ । ଦେଢ଼ଲକ୍ଷ ଲୋକ ବନ୍ଦୀହୋଇ ଦେଶାନ୍ତରକୁ ପ୍ରେରିତ ହୋଇଥିଲେ ଏବଂ ପ୍ରାୟ ସେହି ସଂଖ୍ୟକ ବ୍ୟକ୍ତି ଯୁଦ୍ଧ ପର ଅବସ୍ଥାରେ ଆହାତ , ରୋଗାକ୍ରାନ୍ତ କିମ୍ବା ବୁଭୁକ୍ଷୁ ହୋଇ ମୃତ୍ୟୁମୂଖରେ ପଡ଼ିଥିଲେ । କଳିଙ୍ଗ ଯୁଦ୍ଧ ବୌଦ୍ଧ ଧର୍ମ ତଥା ପୃଥିବୀର ଇତିହାସରେ ଏକ ଯୁଗାନ୍ତକାରୀ ଘଟଣା । ଏହି ଯୁଦ୍ଧର ଦାରୁଣ ପରିଣତି ଅଶୋକଙ୍କ ମନରେ ଗଭୀର ଦୁଃଖ ଓ ଅନୁତାପ ଜାତ କରିଥିଲା । ହିଂସା ପ୍ରଣୋଦିତ ତରବାରିର ଜୟ ଜୟ ନୁହେଁ, ମାନବ-ହୃଦୟକୁ ଜୟ କରିବା ହିଁ ପ୍ରକୃତ ଜୟ ବୋଲି ଅନୁଭବ କରି ଅଶୋକ ଅସ୍ତ୍ର ପରିତ୍ୟାଗ କଲେ । ଉପଗୁପ୍ତ ନାମକ ଜଣେ ବୌଦ୍ଧ ସନ୍ନ୍ୟାସୀଙ୍କ ସଂସ୍ପର୍ଶରେ ଆସି ଅଶୋକ ବୌଦ୍ଧ ଧର୍ମ ଗ୍ରହଣ କରିଥିଲେ । ଏହା ପରେ ସତ୍ୟ ଓ ଅହିଂସା ବଳରେ ସେ ମାନବ ହୃଦୟକୁ ଜୟ କରିବା ପାଇଁ ଆତ୍ମ ନିୟୋଗ କଲେ । ସେ ନିଜ ବିଜୟ ପରେ ସୁନ୍ଦର ଭାବେ ଗଢି ତୋଳିଲେ ଓ ନିଜ ସାମ୍ରାଜ୍ୟରେ ମିଶେଇ ଥିଲେ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ମିଳିମିଳା (ଇଂରାଜୀରେ ମିଜିଲ୍ସ ବା ରୁବିଓଲା ବା ରେଡ ମିଜିଲ୍ସ ଯଥାକ୍ରମେ Measles, morbilli, rubeola, or red measles), ଏକ ଅତୀବ ସଂକ୍ରାମକ ରୋଗ ଯାହା ମିଳିମିଳା ଭୁତାଣୁଦ୍ୱାରା ହୁଏ । ପ୍ରାରମ୍ଭିକ ଚିହ୍ନ ଓ ଲକ୍ଷଣ ମଧ୍ୟରେ ଜ୍ୱର (ଅଧିକାଂଶ ସମୟରେ ୪୦୦ସେ.ରୁ ଅଧିକ), କାଶ, ନାକରୁ ପାଣି ବୋହିବା ଓ ଆଖି ଲାଲ ଦେଖାଯାଏ । ଏହି ଲକ୍ଷଣ ସମୂହ ଆରମ୍ଭ ହେବାର ୨ ଦିନ ପରେ ପାଟିର ଭିତର ପାଖରେ ଧଳା ଦାଗ ଦେଖାଯାଏ ଯାହାକୁ କପଲିକ ଦାଗ/Koplik's spots କୁହାଯାଏ । ସାଧାରଣତଃ ଗୋଟିଏ ଚେପଟା ଲାଲ ଦାଗ (ରାସ) ମୁହଁରେ ଆରମ୍ଭ ହୁଏ ଓ ୩ରୁ ୫ ଦିନ ମଧ୍ୟରେ ସାରା ଦେହକୁ ମାଡ଼ିଯାଏ । ଗୋଟିଏ ରୋଗୀ ସଂସ୍ପର୍ଶରେ ଆସିବାର ୧୦ରୁ ୧୨ ଦିନ ପରେ ଲକ୍ଷଣ ଦେଖାଯାଏ ଓ ୭ରୁ ୧୦ ପର୍ଯ୍ୟନ୍ତ ରହେ । ପ୍ରାୟ ୩୦ % କେଶ ଜଟିଳ ହୁଏ ଓ ତରଳ ଝାଡ଼ା, ଅନ୍ଧତ୍ୱ, ମସ୍ତିଷ୍କ ପ୍ରଦାହ ଓ ନିମୋନିଆ ଆଦି ହୁଏ । ରୁବେଲା ବା ଜର୍ମାନ ମିଳିମିଳା (German measles) ଓ ରୋଜିଓଲା (Roseola) ଦୁଇଟି ଭିନ୍ନ ରୋଗ । ମିଳିମିଳା ଏକ ବାୟୁବାହିତ ରୋଗ ଯାହା ରୋଗୀର କାଶ ଓ ଛିଙ୍କଦ୍ୱାରା ବ୍ୟାପେ । ଲାଳ ଓ ନାକରୁ ବାହାରୁଥିବା ତରଳ ପଦାର୍ଥ ସଂସ୍ପର୍ଶରେ ଆସିଲେ ଏହି ରୋଗ ମଧ୍ୟ ବ୍ୟାପେ । ଏହି ରୋଗ ପ୍ରତି ଇମ୍ମ୍ୟୁନିଟି ନ ଥିବା ପ୍ରତି ୧୦ ଜଣରେ ୯ ଜଣ ଲୋକ ଏହି ରୋଗରେ ଆକ୍ରାନ୍ତ ହୁଅନ୍ତି । ରାସ ବା ଚର୍ମ ଲକ୍ଷଣ ପ୍ରକାଶ ପାଇବାର ୪ ଦିନ ପୂର୍ବରୁ ଓ ୪ ଦିନ ପର ପର୍ଯ୍ୟନ୍ତ ରୋଗୀ ସଂକ୍ରମଣକ୍ଷମ ରହେ । ଲୋକମାନେ ସାଧାରଣତଃ ଥରେ ଏହି ରୋଗ ଭୋଗନ୍ତି । ଜନ ସ୍ୱାସ୍ଥ୍ୟ ପ୍ରଚେଷ୍ଟାରେ କୌଣସି ରୋଗୀକୁ ମିଳିମିଳା ସନ୍ଦେହ କଲେ ତାହାର ଭୁତାଣୁ ପରୀକ୍ଷା କରାଯାଏ । ମିଳିମିଳା ପ୍ରତିଷେଧ ନିମନ୍ତେ ମିଳିମିଳା ଟିକା ଅତି ଫଳପ୍ରଦ । ଟିକାକରଣଦ୍ୱାରା ସନ ୨୦୦୦ରୁ ୨୦୧୩ ମଧ୍ୟରେ ମିଳିମିଳା ଜନିତ ମୃତ୍ୟୁ ହାର ୭୫ % କମିଛି ଓ ସାରା ପୃଥିବୀରେ ୮୫ % ପିଲାଙ୍କୁ ଟିକା ଦିଆହୋଇଛି । ଏହି ରୋଗ ନିମନ୍ତେ କୌଣସି ନିର୍ଦ୍ଦିଷ୍ଟ ଚିକିତ୍ସା ନାହିଁ । ସାହାଯ୍ୟକାରୀ ଯତ୍ନ କଲେ ଫଳାଫଳ ଉନ୍ନତ ହୁଏ । ପାଟି ଜଳଯୋଜନ ନିମନ୍ତେ ସାମାନ୍ୟ ମିଠା ଓ ଲୁଣିଆ ତରଳ ପଦାର୍ଥ ଓ ସ୍ୱାସ୍ଥ୍ୟପ୍ରଦ ଖାଦ୍ୟ ଦିଆଯାଏ, ଜ୍ୱର ନିୟନ୍ତ୍ରଣ ନିମନ୍ତେ ଔଷଧ ଦିଆଯାଏ । ନିମୋନିଆ ଭଳି ସଂକ୍ରମଣ ଥିଲେ ଆଣ୍ଟିବାୟୋଟିକ ଦିଆଯାଇପାରେ । ବିକାଶଶୀଳ ଦେଶରେ ଭିଟାମିନ ଏ ଦିଆଯାଏ । ଏହି ରୋଗ ବାର୍ଷିକ ୨୦ ନିୟୁତ ଲୋକଙ୍କୁ ଆକ୍ରମଣ କରେ, ଅଧିକ ଭାବେ ଆଫ୍ରିକା ଓ ଏସିଆ ମହାଦେଶରେ । ଟିକା ପ୍ରତିଷେଧକ ଥିବା ରୋଗ ଭିତରେ ସର୍ବାଧିକ ମୃତ୍ୟୁ ଏହି ରୋଗ ଯୋଗୁ ହୁଏ । ସନ ୧୯୯୦ରେ ୫୪୫,୦୦୦ ମୃତ୍ୟୁ ଏହି ରୋଗ ଯୋଗୁ ହୋଇଥିବା ବେଳେ ସନ ୨୦୧୩ରେ ୮୬,୦୦୦ ମୃତ୍ୟୁ ହୋଇଥିଲା । ସନ ୧୯୮୦ରେ ବାର୍ଷିକ ୨.୬ ନିୟୁତ ମୃତ୍ୟୁ ହେଉଥିଲା । ଅଧିକାଂଶ ସଂକ୍ରମିତ ଓ ମୃତ ରୋଗୀ ୫ ବର୍ଷ ବୟସରୁ କମ । ସଂକ୍ରମିତ ଲୋକଙ୍କ ମଧ୍ୟରୁ ୦.୨ % ଲୋକଙ୍କ ମୃତ୍ୟ ସଙ୍କଟ ଥାଏ, କିନ୍ତୁ କୁପୋଷଣ ଥିଲେ ୧୦ % ଲୋକଙ୍କର ମୃତ୍ୟୁ ସଙ୍କଟ ଥାଏ । ଅନ୍ୟ ପଶୁମାନଙ୍କୁ ଏହି ରୋଗ ହେବା ବିଶ୍ୱାସ କରାଯାଏ ନାହିଁ ।