ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ମିନତି ମିଶ୍ର (୧୪ ଅପ୍ରେଲ ୧୯୩୬ - ୦୬ ଜାନୁଆରୀ ୨୦୨୦) ଓଡ଼ିଆ କଥାଚିତ୍ର ଜଗତର ଜଣେ ଅଭିନେତ୍ରୀ, ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ଗୁରୁ ଥିଲେ । ଭାରତ ବାହାରେ ଓଡ଼ିଶୀ ନୃତ୍ୟ ପରିବେଷଣ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ । ୧୯୬୬ରେ ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟର ଅଧ୍ୟକ୍ଷା ଭାବେ ନିଯୁକ୍ତି ପାଇ, ୧୯୯୨ ପର୍ଯ୍ୟନ୍ତ ଚାକିରିରେ ରହି ଅନେକ ଛାତ୍ରଛାତ୍ରୀଙ୍କୁ ତାଲିମ ଦେଇଥିଲେ । ସେ ହିନ୍ଦୁସ୍ଥାନୀ ଶାସ୍ତ୍ରୀୟ ସଙ୍ଗୀତରେ ମଧ୍ୟ ସ୍ନାତକ ଥିଲେ । ଆକାଶବାଣୀରେ "ଏ ଗ୍ରେଡ଼" ଡ୍ରାମା କଳାକାର ମଧ୍ୟ ଥିଲେ । ୨୦୧୨ ମସିହାରେ ସେ ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନୀତ ହୋଇଥିଲେ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ସାର୍ ଚନ୍ଦ୍ରଶେଖର ଭେଙ୍କଟ ରମଣ (୭ ନଭେମ୍ବର ୧୮୮୮ - ୨୧ ନଭେମ୍ବର ୧୯୭୦) ଜଣେ ଭାରତୀୟ ପଦାର୍ଥ ବିଜ୍ଞାନୀ ଥିଲେ । ୧୯୩୦ ମସିହାରେ ଆଲୋକ ପ୍ରତିସରଣ ଉପରେ ଗବେଷଣା (ରମଣ ପ୍ରଭାବ) ପାଇଁ ନୋବେଲ ପୁରସ୍କାର ପ୍ରଦାନ କରଯାଇଥିଲା । ସେ ଆବିଷ୍କାର କରିଥିଲେ ଯେ ଆଲୋକ ରଶ୍ମି ଯେତେବେଳେ ଗୋଟିଏ ସ୍ୱଚ୍ଛ ପଦାର୍ଥ ଦେଇ ଅତିିିିକ୍ରମ କରେ , କିଛି ଆଲୋକ ରଶ୍ମି ବିଚ୍ଛୁରିତ ହୋଇଯାନ୍ତି ଏବଂ ତାଙ୍କର ଦୈର୍ଘ୍ୟ ଓ ବିସ୍ତୃତିରେ ପରିବର୍ତ୍ତନ ହୁଏ ।ଏହି ପ୍ରତ୍ୟକ୍ଷ ଭାବେ ପରିପ୍ରକାଶ ଘଟଣାକୁ ରମଣ ବିିିିଚ୍ଛୁରଣ କୁହାଯାଏ, ଯାହାକି ରମଣ ପ୍ରଭାବଦ୍ୱାରା ହୋଇଥାଏ । ୧୯୫୪ରେ ଭାରତ ସରକାର ତାଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରିଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଜଗନ୍ନାଥ ଦାସ (1487-1547) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ବଟକୃଷ୍ଣ ଜେନା (୧୧ ଅପ୍ରେଲ ୧୯୪୦ - ୨୪ ଜୁଲାଇ ୨୦୧୧) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସ, ଉତ୍କଳ କଂଗ୍ରେସ ଓ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରିଥିଲେ । ବଟକୃଷ୍ଣ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ତଥା ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ୧୯୭୧ ମସିହା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସଲେପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଏବଂ ପରେ ୧୯୭୧, ୧୯୭୪ ଓ ୧୯୮୫ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ କିଶାନ ନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୫ମ, ୬ଷ୍ଠ, ୭ମ ଓ ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ସୂର୍ଯ୍ୟ ହେଉଛନ୍ତି ସକଳ ଶକ୍ତି ର ଆଧାର । ସେ ହେଉଛନ୍ତି ଜୀବଜଗତର ପାଳନ କର୍ତ୍ତା।ସମସ୍ତ ଜୀବଜନ୍ତୁ ଅପେକ୍ଷା କରିଥାନ୍ତି ସୂର୍ଯ୍ୟୋଦୟ ର ସ୍ପର୍ଶ ପାଇବା ପାଇଁ।ତାଙ୍କ ବିନା ଜୀବଜଗତର ଅସ୍ତିତ୍ଵ ନାହିଁ।ବିଜ୍ଞାନର ଅବଦାନ ଅତୁଳନୀୟ କିନ୍ତୁ ସମ୍ଭବତଃ ଦେଖିବାକୁ ଗଲେ ଆମେ ଦେଖିବା ପ୍ରକୃତରେ ଏହା ସୂର୍ଯ୍ୟଙ୍କର ଯେଗୁଁ ସମ୍ଭବ। ସୂର୍ଯ୍ୟ ହେଉଛି ଏକ ନକ୍ଷତ୍ର, ଏହା ସୌରଜଗତର ମଧ୍ୟଭାଗରେ ଅବସ୍ଥିତ । ଏହା ପାଖା ପାଖି ଗୋଲକ ଆକାରର ଓ ଏକାଧିକ ଉତପ୍ତ ବାଷ୍ପ (ପ୍ଲାଜମା)କୁ ନେଇ ଗଠିତ । ଏହାର ପରିସର ୧୩୯୨୦୦୦ କିମି.
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଫିନାଇଲେଫ୍ରିନ (ଇଂରାଜୀ ଭାଷାରେ Phenylephrine) ଏକ ଔଷଧ ଯାହା ରକ୍ତ ଚାପ ବୃଦ୍ଧି କରିବାକୁ, ମିଡ୍ରିଆସିସ (dilate the pupil), ଡିକଞ୍ଜେସ୍ଟାଣ୍ଟ (decongestant) ନିମନ୍ତେ ଓ ଅର୍ଶ କମ୍ କରିବାକୁ ଦିଆଯାଏ । ଡିକଞ୍ଜେସ୍ଟାଣ୍ଟ ଭାବରେ ମାର୍କେଟରେ ମିଳିଲେ ମଧ୍ୟ ପାଟିରେ ଦିଆଗଲେ, ଆଲର୍ଜିକ ନାକ ପ୍ରଦାହ ରୋଗ ନିମନ୍ତେ ଏହାର ଉପକାର ସ୍ପଷ୍ଟ ହୋଇନାହିଁ । ଏହା ପାଟିରେ, ଶିରା ଓ ମାଂସପେଶୀରେ ଇଞ୍ଜେକସନ ଆକାରରେ ଦିଆଯାଏ ବା ଚର୍ମରେ ଲଗାଯାଏ ।ଫିନାଇଲେଫ୍ରିନ ପାଟିରେ ନେବାପରେ ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟାରେ ଅଇ, ମୁଣ୍ଡବିନ୍ଧା ଓ ଉଦ୍ବେଗ ପ୍ରକାଶ ପାଇପାରେ । ଅର୍ଶ ଚିକିତ୍ସାରେ ଏହା ସହ୍ୟ କରିହୁଏ । ପାର୍ଶ୍ୱ ପ୍ରତିକ୍ରିୟା ସାଂଘାତିକ ହେଲେ ଧୀର ହୃଦ୍ଗତି , ଅନ୍ତନଳୀ ସ୍ୱଳ୍ପ ରକ୍ତହୀନତା, ଆଞ୍ଜାଇନା, ବୃକ୍କ ଫେଲ (kidney failure) ଓ ଇଞ୍ଜେକସନ ନେବା ସ୍ଥାନରେ ତନ୍ତୁ ମୃତ୍ୟୁ (tissue death) ହୋଇପାରେ । ଗର୍ଭାବସ୍ଥା ଓ ସ୍ତନ୍ୟପାନ (breastfeeding) ସମୟରେ ଏହି ଔଷଧର ନିରାପତ୍ତା ବିଷୟ ସ୍ପଷ୍ଟ ହୋଇନାହିଁ । ଫିନାଇଲେଫ୍ରିନ ଏକ ସିଲେକ୍ଟିଭ ଆଡ୍ରେନର୍ଜିକ ରିସେପ୍ଟର ସକ୍ରିୟକାରୀ (selective α1-adrenergic receptor); ତେଣୁ ଧମନୀ (arteries) ଓ ଶିରା (veins) ସଙ୍କୁଚିତ ହୋଇଯାଏ ।ସନ ୧୯୨୭ରେ ଫିନାଇଲେଫ୍ରିନ ପେଟେଣ୍ଟ ହେବାପରେ ସନ ୧୯୩୮ରେ ଡାକ୍ତରୀ ବ୍ୟବହାର ନିମନ୍ତେ ସ୍ୱୀକୃତ ହୋଇଥିଲା । ଏହା ଜେନେରିକ ଔଷଧ ନାମରେ (generic medication) ବିକ୍ରୟ ହୁଏ । ସଂଯୁକ୍ତ ରାଷ୍ଟ୍ରରେ (United Kingdom) ଏନଏଚଏସକୁ (NHS) ଏହାର ଏକ ଭାଏଲ ପିଛା ପ୍ରାୟ ୪ ପାଉଣ୍ଡ ଖର୍ଚ୍ଚ କରିବାକୁ ପଡ଼ୁଥିଲା । ଏହାର ଅପବ୍ୟବହାର ଅତି ସାଧାରଣ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଜାଲିଆନାୱାଲା ବାଗ୍ ହତ୍ୟାକାଣ୍ଡ, ଯାହା ଅମୃତସର ହତ୍ୟାକାଣ୍ଡ, ଭାବେ ମଧ୍ୟ ପରିଚିତ, ୧୩ ଅପ୍ରେଲ୍ ୧୯୧୯ ଦିନ ଘଟିଥିଲା, ଯେଉଁଥିରେ କଲୋନେଲ୍ ରେଗିନାଲ୍ଡ ଡାୟାର୍ଙ୍କ ନେତୃତ୍ୱରେ ବ୍ରିଟିଶ୍ ଭାରତୀୟ ସେନା, ଅମୃତସର, ପଞ୍ଜାବର ଜାଲିଆନାୱାଲା ବାଗ୍ଠାରେ ଏକତ୍ରିତ ହୋଇଥିବା ଭାରତୀୟଙ୍କ ଉପରକୁ ଗୁଳି ଚଳାଇଥିଲେ । ଏହି ବେସାମରିକ ଭାରତୀୟମାନେ ଦୁଇ ଜାତୀୟ ନେତା ସତ୍ୟ ପାଲ୍ ଓ ସୈଫୁଦିନ୍ କିଚ୍ଲୁଙ୍କ ଗିରଫ୍ ଓ ଦେଶାନ୍ତରୀକରଣ ପ୍ରତିବାଦରେ ଏକତ୍ରିତ ହୋଇଥିଲେ । ଏହା ଏବେ ମଧ୍ୟ ତର୍କର ବିଷୟ ଯେ, ଭାରତୀୟମାନେ ଡାୟାର୍ଙ୍କ ´´´କୌଣସି ସଭା ହୋଇ ପାରିବ ନାହିଁ´´´ର ଘୋଷଣାନାମା ବିଷୟରେ ଜାଣିଥିଲେ ନା ନାହିଁ । ମାତ୍ର ରାଜା ରାମଙ୍କ ମତରେ ଭାରତୀୟମାନେ ସ୍ୱଇଚ୍ଛାରେ ଏକତ୍ରିତ ହୋଇଥିଲେ, ଯାହା ଭାରତୀୟ ଜାତୀୟତାବାଦର ପ୍ରାରମ୍ଭ ଥିଲା ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ ପ୍ରତିବର୍ଷ ୨୨ଟି ବେଶ ସମ୍ପନ୍ନ ହେଲା ବେଳେ ଅନ୍ୟ ଦୁଇଟି ବେଶ ବିରଳ ମୂହୁର୍ତ୍ତରେ ସମ୍ପନ୍ନ ହୋଇଥାଏ । ଏହି ଦୁଇଟି ବିରଳ ବେଶ ହେଲା ରଘୁନାଥ ବେଶ ଓ ନାଗାର୍ଜୁନ ବେଶ । ଅନେକ ବର୍ଷ ଧରି ରଘୁନାଥ ବେଶ ଆଉହୋଇନଥିଲା ବେଳେ ୧୯୯୪ ମସିହା ପରେ ଆଉ ନାଗାର୍ଜୁନ ବେଶ ଯୋଗ ପଡ଼ିନାହିଁ । ଏ ସବୁ ବେଶ ମଧ୍ୟରୁ କେତେକ ବେଶରେ ମହାପ୍ରଭୁ ଜଗନ୍ନାଥଙ୍କ ପୋଷାକ କେବଳ ବଦଳୁଥିବା ବେଳେ ଆଉ କେତେକ କ୍ଷେତ୍ରରେ ତାଙ୍କର ଅବତାର ବଦଳିଯାଇଥାଏ, ଯଥା କେତେବେଳେ ସେ ବିଷ୍ଣୁ ତ ଆଉ କେତେବେଳେ ନୃସିଂହ ବେଶ ଧାରଣ କରିଥାନ୍ତି । ପୁଣି ମହାପ୍ରଭୁମାନଙ୍କ ସବୁଯାକ ବେଶରେ ଜଗନ୍ନାଥ ମୁଖ୍ୟ ଭୂମିକାରେ ରହୁଥିବା ବେଳେ କେବଳ ପ୍ରଳମ୍ବାସୁରବଧ ବେଶରେ ବଳଭଦ୍ର ମୂଖ୍ୟ ଭୂମିକା ଗ୍ରହଣ କରନ୍ତି । ଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ କେତେକ ବେଶ ବର୍ଷକରେ ଏକାଧିକବାର ସଂପନ୍ନ ହୋଇଥାଏ । ଯଥା : - ସୁନାବେଶ ପ୍ରାୟ ପାଞ୍ଚ ଥର ଓ ଶ୍ରାଦ୍ଧ ବେଶ ତିନିଥର ସଂପନ୍ନ ହୋଇଥାଏ ।
ରଣା ସାପ ବା ରଣା (ଇଂରାଜୀରେ Banded Krait, ଜୀବବିଜ୍ଞାନ ନାମ Bungarus fasciatus) ଏଲାପିଡ୍ ପ୍ରଜାତିର ଏକ ସାପ ଯାହା ପ୍ରଧାନତଃ ଭାରତୀୟ ଉପମହାଦେଶ ଓ ଦକ୍ଷିଣ-ପୂର୍ବ ଏସିଆର ଦେଶମାନଙ୍କରେ ପରିଲକ୍ଷିତ ହୋଇଥାଏ । ଇଂରାଜୀରେ କ୍ରେଟ୍ (Krait) ବୋଲାଉଥିବା ସାପଙ୍କୁ ଓଡ଼ିଆ ଭାଷାରେ ଚିତି ସାପ ବା ଚିଟି ସାପ କୁହନ୍ତି । ଉଭୟ ରଣା ଓ ଚିତି ସାପ ଏଲାପିଡାଏ ପ୍ରଜାତିର ସାପ । ରଣା ସାପ ଏହି ପ୍ରଜାତିର ସାପମାନଙ୍କ ମଧ୍ୟରେ ଦୀର୍ଘତମ ଓ ଏମାନଙ୍କ ଦୈର୍ଘ୍ୟ ପ୍ରାୟ ୨.୧ ମିଟର ପର୍ଯ୍ୟନ୍ତ ହୋଇଥାଏ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ମାଦଳା ପାଞ୍ଜି ଓଡ଼ିଶାରେ ରାଜତ୍ୱ କରୁଥିବା ବିଭିନ୍ନ ରାଜବଂଶର ଏକ ଇତିହାସ ପୋଥି ତଥା ପୁରୀ ଜଗନ୍ନାଥ ମନ୍ଦିରରେ ଶ୍ରୀ ଜଗନ୍ନାଥଙ୍କ ପାଖରେ ପୂଜିତ । ଖ୍ରୀଷ୍ଟୀୟ ଦ୍ୱାଦଶ ଶତାବ୍ଦୀଠାରୁ ଉନବିଂଶ ଶତାବ୍ଦୀର ମଧ୍ୟଭାଗ ପର୍ଯ୍ୟନ୍ତ ଶ୍ରୀଜଗନ୍ନାଥଙ୍କ ଇତିବୃତ୍ତ ଏଥିରୁ ମିଳିଥାଏ । ରାଜା ଓ ମନ୍ଦିରର ଇତିହାସ ଲେଖିବାପାଇଁ ସଙ୍କଳ୍ପ କରିଥିବା ଲିଖନକାରମାନେ ମଝିରେ ମଝିରେ ବିଭିନ୍ନ କିମ୍ବଦନ୍ତୀ ପ୍ରୟୋଗ କରିବାରେ ଗ୍ରନ୍ଥଟି ସାହିତ୍ୟିକ ମର୍ଯ୍ୟାଦା ଲାଭ କରିପାରିଛି । ଓଡ଼ିଆ ଗଦ୍ୟ ସାହିତ୍ୟର ବିକାଶରେ ଉଭୟ ଭାଷା ଓ ଶୈଳୀ ଦୃଷ୍ଟିରୁ ମାଦଳାପାଞ୍ଜିର ସ୍ଥାନ ସ୍ୱତନ୍ତ୍ର ।
ଟୁଇଟର ( /ˈtwɪtər/) ଏକ ଅନଲାଇନ୍ ସୋସିଆଲ୍ ନେଟୱାର୍କିଙ୍ଗ୍ ସେବା ଯାହା ବ୍ୟବହାରକାରୀଙ୍କୁ ପରଷ୍ପର ସହ ୧୪୦-ଅକ୍ଷର ବିଶିଷ୍ଟ ସନ୍ଦେଶ ପଠାଇବାରେ ସାହାଯ୍ୟ କାରିଥାଏ । ଏହି ସନ୍ଦେଶ ଗୁଡିକୁ "ଟୁଇଟ୍" ବୋଲି କୁହାଯାଏ । ଏଥିରେ ପଞ୍ଜିକୃତ ହୋଇଥିବା ବ୍ୟକ୍ତି ମନେ ଟୁଇଟ୍ କରିପରିବେ ଏବଂ ନୁଆ ଟୁଇଟ୍ ପଢିପରିବେ । ପଞ୍ଜିକୃତ ହୋଇନଥିବା ବ୍ୟକ୍ତି ମନେ କେବଳ ନୁଆ ଟୁଇଟ୍ ପଢିପରିବେ । ଅଜିକାଲି ଲୋକମାନେ ମୋବାଇଲ୍, SMS କିମ୍ବା Web Interface ମଧ୍ୟମରେ ଟୁଇଟ୍ କରିପରୁଛନ୍ତି ଏବଂ ପଢିପରୁଛନ୍ତି । Twitter Inc.
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ମକର ସଂକ୍ରାନ୍ତି ଏକ ସର୍ବ ଭାରତୀୟ ପର୍ବ । ଏହି ପର୍ବକୁ ସମସ୍ତେ ଉତ୍ସାହର ସହିତ ପାଳନ କରନ୍ତି । ଭାରତ ବାହାରେ ରୋମାନ ଓ ଇହୁଦୀମାନେ ମଧ୍ୟ ଏହିପର୍ବ ପାଳନ କରନ୍ତି । ଭାରତର ବିଭିନ୍ନ ଅଞ୍ଚଳ ଅପେକ୍ଷା ଦକ୍ଷିଣ ଭାରତରେ ଏହା ସବୁଠାରୁ ବଡ଼ ପର୍ବ । ଦକ୍ଷିଣରେ ଏହାକୁ ପୋଙ୍ଗଲ ବୋଲି କହନ୍ତି । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ମକର ରାଶିରେ ପ୍ରବେଶ କରିଥାନ୍ତି । ସୌର ଗଣନା ଅନୁସାରେ ମକର ସଂକ୍ରାନ୍ତିକୁ ମକର ମାସର ପ୍ରଥମ ଦିନ ହିସାବରେ ଗ୍ରହଣ କରାଯାଏ । ସଂକ୍ରାନ୍ତି ହେଉଛି ସୂର୍ଯ୍ୟଙ୍କର ସଂକ୍ରମଣ ବା ଗୋଟିଏ ରାଶିରୁ ଅନ୍ୟ ରାଶିକୁ ଚଳନ କରିବାର ଦିନ । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ଧନୁ ରାଶିରୁ ମକର ରାଶିକୁ କ୍ରମଶଃ ଗମନ କରନ୍ତି । ଏହି ଦିନଠାରୁ ସୂର୍ଯଙ୍କର ଉତ୍ତରାୟଣ ଗତି ଆରମ୍ଭ ହୋଇଥାଏ ।
ମାୟା ସଭ୍ୟତା (ଇଂରାଜୀ ଭାଷାରେ The Maya civilization ( /ˈmaɪə/)) ଏକ ସଭ୍ୟତାର ନାମ ଯାହା ମାୟା ଲୋକମାନେ ପ୍ରାକ-କଲମ୍ବିଆନ ଯୁଗରେ ଉନ୍ନତ ଧରଣର ଲିପି, ଉଚ୍ଚ ବିକଶିତ ଲେଖା, ମାୟା କଳା, ମାୟା ସ୍ଥାପତ୍ୟ, ମାୟା ଗଣିତ ଓ ମାୟା ଖଗୋଳ ଶାସ୍ତ୍ର ଇତ୍ୟାଦି ବିକାଶ କରିଥିଲେ । ଏହି ସଭ୍ୟତା ଦକ୍ଷିଣପୂର୍ବ ମେକ୍ସିକୋ, ସମ୍ପୁର୍ଣ୍ଣ ଗୁଆତେମାଲା (Guatemala ) ଓ ବେଲିଜେରେ (Belize) ଥିଲା ଓ ଏହା ସହିତ ହୋଣ୍ଡୁରାସ ଓ ଏଲ ସାଲଭାଡରରେ (El Salvador) ମଧ୍ୟ ଥିଲା । ଉତ୍ତର ନିମ୍ନଭୂମିରେ ଥିବା ୟୁକାଟାନ ପେନିନସୁଲା (en:Yucatán Peninsula) ଓ ଉଚ୍ଚଭୂମିରେ ଥିବା ସିଏରା ମାଡ୍ରେ ଡି ଚିଆପାସ (Sierra Madre), ଗୁଆତେମାଲା, ମେକ୍ସିକୋ, ଏଲ ସାଲଭାଡର ଓ ପାସିଫିକ ଲୋଟୋରାଲ ସମତଳ ନିମ୍ନଭୂମି ପର୍ଯ୍ୟନ୍ତ ବ୍ୟାପିଥିଲା । ସେଠାକାର ଲୋକମାନଙ୍କ ନିମନ୍ତେ ଏକ ଆଧୁନିକ ମାୟା ନାମ ଦିଆଯାଇଥିଲା ଯାହା ଉକ୍ତ ସ୍ଥାନର ଲୋକମାନେ କେବେ ବ୍ୟବହର କରିନଥିଲେ କାରଣ ତାଙ୍କର ସେତେବେଳ କୌଣସି ଚିହ୍ନ ବା ରାଜନୈତିକ ଏକତା ନଥିଲା ।ଖ୍ରୀ:ପୂ: ୨୦୦୦ ପୂର୍ବରୁ ମେସୋଆମେରିକାନ କ୍ରନୋଲୋଜି (Archaic period) ଅନୁସାରେ ପ୍ରଥମ ଥର ପାଇଁ କୃଷି ଓ ଗ୍ରାମ ବିକାଶ ଆରମ୍ଭ ହେଲା । ପ୍ରିକ୍ଲାସିକ କାଳରେ (ପ୍ରାୟ ଖ୍ରୀ:ପୂ: ୨୦୦୦ ରୁ ଖ୍ରୀ ୨୫୦) ପ୍ରଥମେ ମାୟା ସ୍ଥାନମାନଙ୍କରେ ଜଟିଳ ସମାଜର ସ୍ଥାପନା ହୋଇ କୃଷି କର୍ମ ସାହାଯ୍ୟରେ ମକା, ବିନ, ଲଙ୍କା ଇତ୍ୟାଦି ଚାଷ କରାଯାଉଥିଲା । ପ୍ରାୟ ଖ୍ରୀ:ପୂ: ୭୫୦ ବେଳକୁ ମାଯା ସହର (Maya cities) ସ୍ଥାପିତ ହୋଇଥିଲା ଯେଉଁଥିରେ ବିରାଟକାୟ ମନ୍ଦିର ଓ ସ୍ଟୁକୋ (stucco) ଫ୍ୟାକେଡ ଭଳି ସ୍ଥାପତ୍ୟ କଳା ତିଆରି ହୋଇଥିଲା । ଖ୍ରୀ:ପୂ: ତୃତୀୟ ଶତାବ୍ଦୀ ବେଳକୁ ହିଏରୋଗ୍ଲାଇଫିକ ଲିଖନ ବ୍ୟବହୃତ ହେଉଥିଲା । ପ୍ରିକ୍ଲାସିକ ଶେଷ ସମୟ ଆଡ଼କୁ ପେଟେନ ବେସିନରେ (Petén Basin) ବିରାଟ ସହରମାନଙ୍କର ସ୍ଥାପନା ହୋଇଥିଲା ଓ ଗୁଆତେମାଲା ହାଇଲ୍ୟାଣ୍ଡରେ (Guatemalan Highlands) ଥିବା କାମିନାଲଜୁୟୁ (Kaminaljuyu) ସହର ଉଲ୍ଲେଖନୀୟ ହୋଇଥିଲା । ସନ ୨୫୦ ଆରମ୍ଭରେ ମାୟା ବିରାଟ ସ୍ମାରକ (Long Count dates) ତିଆରି ହେଉଥିଲା । ଏହି କାଳରେ ମାୟା ସଭ୍ୟତାରେ ସହର-ପ୍ରଦେଶମାନଙ୍କର (city-states) ବେପାର ଲିଙ୍କ (trade network) ହୋଇଥିଲା । ମାୟା ନିମ୍ନଭୂମିରେ ଦୁଇଟି ପରସ୍ପର ବିରୋଧୀ ଟିକାଲ ଓ କାଲାକମୁଲ ସହର ଗଢ଼ିଉଠି ଶକ୍ତିଶାଳୀ ହୋଇଗଲେ । କେନ୍ଦ୍ରୀୟ ମେକ୍ସିକାନ ସହର ଟିଓଟିହୁଆକାନରେ (Teotihuacan) ପାରିବାରିକ ରାଜନୀତିରେ ହସ୍ତକ୍ଷେପ ହେବା ଆରମ୍ଭ ହେଲା । ନବମ ଶତାବ୍ଦି ବେଳକୁ କେନ୍ଦ୍ରୀୟ ମାୟା ସଭ୍ୟତାର ପତନ ଆରମ୍ଭ ହୋଇ ଯୁଦ୍ଧ ହେବା (internecine warfare) ସହିତ ଲୋକମାନେ ଉତ୍ତର ଦିଗକୁ ପଳାୟନ କଲେ । ପୋଷ୍ଟକ୍ଲାସିକ କାଳରେ ଉତ୍ତରରେ ଚିଚେନ ଇଟଜା ଉତ୍ଥାନ ହୋଇଥିଲା ଓ ହୁଆତେମାଲା ହାଇଲ୍ୟାଣ୍ଡରେ କିଚ ରାଜ୍ୟର (Kʼicheʼ kingdom) ବିସ୍ତାର ହୋଇଥିଲା । ଶୋଡ଼ଷ ଶତାବ୍ଦୀରେ ମେସୋପଟାମିଆ ଅଞ୍ଚଳରେ ସ୍ପେନ କଲୋନୀ ସ୍ଥାପନ କଲା ଓ ପରେ ପରେ ଶେଷ ମାୟା ସହର ନୋଜପେଟାନର ସନ ୧୬୯୭ରେ ପତନ ହେଲା ।
ଶ୍ରୀନିବାସ ରାମାନୁଜନ FRS ( pronunciation ) (୨୨ ଡିସେମ୍ବର 1887 – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ ’ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ସ୍ପାଇନାଲ ସ୍ଟେନୋସିସ (ଇଂରାଜୀ ଭାଷାରେ Spinal stenosis) ଏକ ରୋଗ ଯେଉଁଥିରେ ସ୍ପାଇନାଲ କେନାଲ ବା ନିଉରାଲ ଫୋରାମେନ (neural foramen) ସରୁ (abnormal narrowing) ହୋଇଯିବା ଫଳରେ ସୁଷୁମ୍ନା କାଣ୍ଡ (spinal cord) ଓ ସ୍ନାୟୁ (nerve roots) ଉପରେ ଚାପ ପଡ଼େ । ଯନ୍ତ୍ରଣା, କାଲୁଆ (numbness) ଓ ବାହୁ ବା ଗୋଡ଼ର ଦୁର୍ବଳତା ଆଦି ଲକ୍ଷଣ ଦେଖାଯାଏ । ଧୀରେ ଧୀରେ ଆରମ୍ଭ ହୁଏ ଓ ଆଗକୁ ନଇଁଗଲେ ଅଧିକ କଷ୍ଟ ହୁଏ । ରୋଗ ସାଂଘାତିକ ହେଲେ ଅନିୟନ୍ତ୍ରିତ ମୂତ୍ରାଶୟ (Loss of bladder control), ଅନିୟନ୍ତ୍ରିତ ମଳାଶୟ (loss of bowel control) ଓ ଯୌନକ୍ରିୟା ହାନୀ (sexual dysfunction) ହୁଏ ।ଓଷ୍ଟିଓଆର୍ଥ୍ରାଇଟିସ, ରିଉମାଟଏଡ ଆର୍ଥ୍ରାଇଟିସ, ସ୍ପାଇନାକ ଟ୍ୟୁମର (spinal tumors), ଆଘାତ, ହାଡ଼ର ପାଜେଟ ଡିଜିଜ (Paget's disease of the bone), ସ୍କୋଲିଓସିସ, ସ୍ପୋଣ୍ଡିଲୋଲିସଥେସିସ (spondylolisthesis), ଆକଣ୍ଡ୍ରୋପ୍ଲାସିଆ ଭଳି ଜେନେଟିକ ରୋଗ ଥିବା କାରଣଯୋଗୁ ଏହି ରୋଗ ସୃଷ୍ଟି ହୁଏ । ତିନି ପ୍ରକାର ଏହାର ବର୍ଗୀକରଣ କରାଯାଏ ଯଥା:- ସର୍ଭାଇକାଲ ସ୍ଟେନୋସିସ, ଲମ୍ବର ସ୍ପାଇନାଲ ସ୍ଟେନୋସିସ ଓ ଥୋରାସିକ ଭର୍ଟିବ୍ରା ସ୍ଟେନୋସିସ (thoracic । ଲମ୍ବର ସ୍ଟେନୋସିସ ଏକ ସାଧାରଣ ରୋଗ ଓ ତା ପଛକୁ ସର୍ଭାଇକାଲ ସ୍ଟେନୋସିସ ସାଧାରଣ ରୋଗ । ଲକ୍ଷଣ ଓ ମେଡିକାଲ ଇମେଜିଙ୍ଗ (medical imaging) ସାହାଯ୍ୟରେ ରୋଗ ନିର୍ଣ୍ଣୟ କରାଯାଏ ।ଔଷଧ, ବ୍ୟାୟାମ, ପିଠି ବ୍ରେସ (bracing|), ଅପରେଶନ ସାହାଯ୍ୟରେ ଏହି ରୋଗର ଚିକତ୍ସା କରାଯାଏ । ଏନଏସଏଆଇଡି (NSAIDs), ପାରାସେଟାମୋଲ, ସ୍ଟିରଏଡ ଇଞ୍ଜେକସନ (steroid injections) ଇତ୍ୟାଦି ଔଷଧ ଦିଆଯାଏ । ଶକ୍ତିବର୍ଦ୍ଧକ ଓ ଭିଡ଼ିବା ବ୍ୟାୟାମ ଉପକାରରେ ଆସେ । କେତେକ କାର୍ଯ୍ୟ କମ୍ କରିବାକୁ ଉପଦେଶ ଦିଆଯାଏ । ଏ ସମସ୍ତ ଚିକିତ୍ସା ଫଳପ୍ରଦ ନହେଲେ ଡିକମ୍ପ୍ରେସିଭ ଲାମିନେକ୍ଟୋମି (decompressive laminectomy) ଅପରେଶନ କରାଯାଇପାରେ ।ଜନସଂଖ୍ୟାର ପ୍ରାୟ ୮% ଲୋକଙ୍କର ଏହି ରୋଗ ହୁଏ । ପଚାଶ ବର୍ଷ ବୟସରୁ ଉର୍ଦ୍ଧ୍ୱ ଲୋକଙ୍କୁ ଏହି ରୋଗ ହୁଏ । ପୁରୁଷ ଓ ମହିଳାମାନେ ସମ ଭାବରେ ଆକ୍ରାନ୍ତ ହୁଅନ୍ତି । ପ୍ରଥମେ ଆଣ୍ଟଏନ ପୋର୍ଟାଲ (Antoine Portal) ଏହି ରୋଗର ଆଧୁନିକ ବର୍ଣ୍ଣନା ସନ ୧୮୦୩ରେ କରିଥିଲେ । ପୁରାତନ ମିଶର (Ancient Egypt) ରାଜ୍ୟରେ ଏହି ରୋଗ ଥିବାର ପ୍ରମାଣ ମିଳୁଛି ।
ପାଣିପାଗ (ଇଂରାଜୀ ଭାଷାରେ Weather) ବାୟୁମଣ୍ଡଳର (atmosphere) ଏକ ଅବସ୍ଥାକୁ ବୁଝାଏ ଯେଉଁଥିରୁ ପାଗ କେତେ ଡିଗ୍ରୀ ଗରମ ବା ଥଣ୍ଡା, ଓଦା ବା ଶୁଷ୍କ, ଶାନ୍ତ ବା ତୋଫାନୀ, ପରିଷ୍କାର ବା ମେଘୁଆ ରହିବ, ତାହାର ବର୍ଣ୍ଣନା ମିଳେ । ଅଧିକାଂଶ ପାଗ ପରିବର୍ତ୍ତନ ବାୟୁମଣ୍ଡଳର ସ୍ଟ୍ରାଟୋସ୍ଫିଅରର (stratosphere) ଠିକ୍ ତଳ ଭାଗରେ ଥିବା ଟ୍ରୋଫୋସ୍ଫିଅରରେ (troposphere) ହୁଏ । ଦୈନନ୍ଦିନ ଉତ୍ତାପ ଓ ପ୍ରେସିପିଟେସନ (precipitation) କାର୍ଯ୍ୟକଳାପକୁ ପାଣିପାଗ କୁହାଯାଏ ଓ ଦୀର୍ଘ ସମୟରେ ପାଗର ହାରାହାରି ଅବସ୍ଥାକୁ ଜଳବାୟୁ (climate) କୁହାଯାଏ । ନିର୍ଦ୍ଧିଷ୍ଟ ଭାବରେ କୌଣସି ବିଷୟର ଅବତାରଣା ନଥିଲେ ପାଣିପାଗକୁ ପୃଥିବୀର (Earth) ପାଣିପାଗ ବୁଝାଏ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ୱାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ୱାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ୱବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏହି ଦିନଟିକୁ ସାଧାରଣତନ୍ତ୍ର ଦିବସ ରୂପେ ପାଳନ କରାଯାଏ । ସାଧାରଣତନ୍ତ୍ର ଦିବସରେ ରାଷ୍ଟ୍ରପତି ରାଜଧାନୀ ଦିଲ୍ଲୀର ଲାଲକିଲ୍ଲା ଦୁର୍ଗଠାରେ ଜାତୀୟ ପତାକା ଉତ୍ତୋଳନ କରି ଭାରତୀୟ ସାମରିକ ବାହିନୀ,ଅର୍ଦ୍ଧ ସାମରିକ ବାହିନୀ,ପୁଲିସ ବାହିନୀ ଓ ଦେଶର ବିଭିନ୍ନ ଅଂଚଳରୁ ଆସିଥିବା କ୍ୟାଡେଟ ମାନଙ୍କଠାରୁ ପ୍ୟାରେଡ଼ ଅଭିବାଦନ ଗ୍ରହଣ କରନ୍ତି ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ନିତ୍ୟାନନ୍ଦ ମହାପାତ୍ର ଭଦ୍ରକ ଜିଲ୍ଲାର ତାଳପଦାଠାରେ ୧୭ ଜୁଲାଇ ୧୯୧୨, ରଥଯାତ୍ରା ଦିନ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜ୍ୟେଷ୍ଠ ପୁତ୍ର ଭାବେ ଜନ୍ମଗ୍ରହଣ କରିଥିଲେ । ସେ ଜଣେ ସାରସ୍ୱତ ସାଧକ, ସ୍ୱାଧୀନତା ସଂଗ୍ରାମୀ ଓ ରାଜନେତା ଥିଲେ । ସେ ଭଦ୍ରକ ନିର୍ବାଚନ ମଣ୍ଡଳୀରୁ ତିନିଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ୧୯୬୭-୭୧ରେ ସେ ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ନେତୃତ୍ୱାଧିନ ସ୍ୱତନ୍ତ୍ର ଜନ କଂଗ୍ରେସ ଶାସନ ସମୟରେ ସେ ରାଜ୍ୟ ସରକାରଙ୍କ ଖାଦ୍ୟ ଯୋଗାଣ ବିଭାଗ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଥିଲେ । ସେ ଥରେ ଜନ କଂଗ୍ରେସରୁ ଓ ଦୁଇଥର ସ୍ୱାଧୀନ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ବ୍ରିଟିଶ ଶାସନ ବିରୁଦ୍ଧରେ ସ୍ୱରଉତ୍ତୋଳନ କରି ସେ ତିନିଥର କାରାବରଣ କରିଥିଲେ ।୧୭ ଅପ୍ରେଲ ୨୦୧୨ରେ ସେ ଶ୍ୱାସନଳୀ ଜନିତ ରୋଗରେ ପୀଡ଼ିତ ହୋଇ ମୃତ୍ୟୁବରଣ କରିଥିଲେ ।
କମ୍ପୁଟର ସଫ୍ଟୱେର କିମ୍ବା ସଫ୍ଟୱେର, କମ୍ପ୍ୟୁଟର ପ୍ରୋଗ୍ରାମ, ଲାଇବ୍ରେରି ଏବଂ ସେମାନଙ୍କ ସମ୍ବନ୍ଧିତ ନଥିକରଣକୁ ନେଇ ଗଠିତ । "ସଫ୍ଟୱେର" ଶବ୍ଦଟି କେବେ କେବେ ସଙ୍କୁଚିତ ଅର୍ଥରେ ଆପ୍ଲିକେସନ ସଫ୍ଟୱେରକୁ ମଧ୍ୟ ବୁଝାଇଥାଏ । ସଫ୍ଟୱେର କମ୍ପ୍ୟୁଟର ମେମୋରିରେ ସାଇତା ହୋଇ ରହିଥାଏ ଏବଂ ଏହାକୁ କେହି ଛୁଇଁପାରିବେ ନାହିଁ ।ନିମ୍ନତମ ସୋପାନରେ, ଏକ୍ସକ୍ୟୁଟ କରାହୋଇପାରିବା କୋଡ଼ସମୂହ ଏକ ନିର୍ଦ୍ଦିଷ୍ଟ ପ୍ରସେସର– ସାଧାରଣତଃ ଏକ ସେଣ୍ଟ୍ରାଲ ପ୍ରୋସେସିଙ୍ଗ ୟୁନିଟ (ସିପିୟୁ) ସହ ସମ୍ବନ୍ଧିତ ମେସିନ ଲାଙ୍ଗୁଏଜକୁ ନେଇ ଗଠିତ । ଏକ ମେସିନ ଲାଙ୍ଗୁଏଜ ପ୍ରୋସେସର ସୂଚନାକୁ ସୂଚାଉଥିବା ବାଇନାରି ମୂଲ୍ୟକୁ ନେଇ ଗଠିତ ଦଳମାନଙ୍କୁ ନେଇ ତିଆରି । ଏହି ମୂଲ୍ୟସବୁ କମ୍ପ୍ୟୁଟରର ପୂର୍ବ ଅବସ୍ଥାକୁ ବଦଳାଇଥାଏ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ନିସନ୍ଦେହରେ ଅଲିମ୍ପିକ ହିଁ ହେଉଛି ବିଶ୍ୱର ସର୍ବବୃହତ ତଥା ସର୍ବଶ୍ରେଷ୍ଠ କ୍ରୀଡ଼ା ମହୋତ୍ସବ । କ୍ରୀଡ଼ାର ଉତ୍କର୍ଷ,ପାରସ୍ପରିକ ପ୍ରତିଦ୍ୱନ୍ଦିତା,ଏହାର ଲୋକପ୍ରିୟତା ଆଦି ସମସ୍ତ ଦୃଷ୍ଟିକୋଣରୁ ଅଲିମ୍ପିକ କ୍ରୀଡ଼ା ବିଶ୍ୱର ଅନ୍ୟାନ୍ୟ ସମସ୍ତ ପ୍ରତିଯୋଗିତା ଠାରୁ ରହିଛି ଅନେକ ଆଗରେ । ବିଶ୍ୱର ଏହି କ୍ରୀଡ଼ା ମହାକୁମ୍ଭରେ ଅଂଶଗ୍ରହଣ କରି ସଫଳତା ହାସଲ କରିବ । ଅର୍ଥ କ୍ରୀଡ଼ାଜଗତର ସର୍ବୋଚ୍ଚ ସୋପାନରେ ଉପନୀତ ହେବା । ସେଥିପାଇଁ ଅଲିମ୍ପିକ ପ୍ରତିଯୋଗିତାର ଆକର୍ଷଣ ସବୁ ସମୟରେ ଉନ୍ମାଦିତ କରିଆସିଛି ବିଶ୍ୱର ସମସ୍ତ ଦେଶର ପ୍ରତିଯୋଗୀମାନଙ୍କୁ । ତାହା ଗ୍ରୀଷ୍ମକାଳୀନ ଅଲିମ୍ପିକ ହେଉ ବା ଶୀତକାଳୀନ ଅଲିମ୍ପିକ, ଏହାର ରୋମାଞ୍ଚ,ଏହାର ଉତ୍ତେଜନା ସବୁବେଳେ ସମାନ ।