ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଶରତ କୁମାର କର (୫ ସେପ୍ଟେମ୍ବର ୧୯୩୯ - ୧୨ ଅକ୍ଟୋବର ୨୦୨୦) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିର ବିଜୁ ଜନତା ଦଳ, ଉତ୍କଳ କଂଗ୍ରସ, ଜନତା ଦଳ ଆଦି ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରିଥିଲେ । ଶରତ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର ଏବଂ ଲୋକ ସଭାରେ ଥରେ ସାଂସଦ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୭୧, ୧୯୯୦ ଓ ୨୦୦୦ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ମାହାଙ୍ଗା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୫ମ, ୧୦ମ ଓ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ୧୯୭୭ ଭାରତୀୟ ସାଧାରଣ ନିର୍ବାଚନରେ ଶରତ କଟକ ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ୬ଷ୍ଠ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ନବମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ,ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ସାଧାରଣତଃ ବିକଳ୍ପ ବିବାଦର ସମାଧାନ ଭାବରେ ଜଣାଶୁଣା ଏକ ମାଧ୍ୟମ ହେଉଛି ଆର୍ବିଟ୍ରେସନ୍ ବା ମଧ୍ୟସ୍ଥତା । ଭାରତୀୟ ଆଇନ ବ୍ୟବସ୍ଥାରେ ବିକଳ୍ପ ବିବାଦ ସମାଧାନର ବିଭିନ୍ନ ମାଧ୍ୟମ ଯେପରିକି ଲୋକ ଅଦାଲତ, "ଆପୋଷ ବୁଝାମଣା" ବା "ମିଡିଏସନ" ଇତ୍ୟାଦି ମଧ୍ୟ ମଧ୍ୟସ୍ଥତାର ଅନ୍ତର୍ଭୁକ୍ତ । ଏହା ଏକ ଆଇନଗତ ପ୍ରକ୍ରିୟା ଯେଉଁଠାରେ କୌଣସି ବିବାଦର ଉଭୟ ପକ୍ଷ ଏକତ୍ରିତ ହୋଇ ଜଣେ ଆର୍ବିଟ୍ରେଟରଙ୍କ ନିଷ୍ପତ୍ତିକୁ ଅନୁସରଣ କରିବା ଏବଂ ସମ୍ମାନ କରିବାକୁ ରାଜି ହୁଅନ୍ତି । ଏହା ହେଉଛି ଗୋଟିଏ ମାର୍ଗ ଯାହାକି ଯେ କେହି ଭାରତୀୟ କେତେକ ସୀମିତ କ୍ଷେତ୍ରରେ (ଯେପରିକି ବାଣିଜ୍ୟ ସମ୍ବନ୍ଧୀୟ)ମାମଲା ଦାୟର କରିବା ଏବଂ ବିବାଦର ସମାଧାନ ପାଇଁ ସିଧାସଳଖ ଅଦାଲତକୁ ଯିବା ପରିବର୍ତ୍ତେ ଏହି ମାଧ୍ୟମରେ ଚେଷ୍ଟା କରିପାରିବେ । ଆର୍ବିଟର ସାଧାରଣତ ଆଇନ କ୍ଷେତ୍ର ସହିତ ପରିଚିତ ଜଣେ ଓକିଲ ଅଟନ୍ତି | ଆର୍ବିଟରଙ୍କ ନିଷ୍ପତ୍ତି ଉଭୟ ପକ୍ଷଙ୍କ କ୍ଷେତ୍ରରେ ଆଇନଗତ ଭାବେ ବାଧ୍ୟତାମୂଳକ ଅଟେ, ଯଦିଓ ଏହି ନିଷ୍ପତ୍ତିଗୁଡ଼ିକ କେତେକ କ୍ଷେତ୍ରରେ ଅପିଲ କରାଯାଇପାରେ | ଆର୍ବିଟ୍ରେସନ୍ ଭାବରେ ବ୍ୟକ୍ତିବିଶେଷଙ୍କୁ ନିଯୁକ୍ତ କରି ଦଳଗୁଡିକ ମଧ୍ୟରେ ସମାଧାନର ଏକ ବ୍ୟକ୍ତିଗତ ରୂପ ଭାବରେ ବ୍ୟବହୃତ ହୁଏ, ବିବାଦର ତୁରନ୍ତ ଏବଂ ନ୍ୟାୟପୂର୍ଣ୍ଣ ସମାଧାନର ଏକ ଉପଯୋଗୀ ମାଧ୍ୟମ ଭାବରେ ବିବେଚନା କରାଯାଏ ଯାହା ଦ୍ରବ୍ୟ ଏବଂ ସେବା କ୍ଷେତ୍ରରେ ବ୍ୟବସାୟିକ କାରବାରରୁ ହୋଇପାରେ । ଆର୍ବିଟ୍ରେଟରଙ୍କ ଉପରେ ସେମାନଙ୍କର ବିଶ୍ଵାସ, ସୂଚନାର ଗୋପନୀୟତା, ସମାଧାନର ଗତି, କମ କୋର୍ଟ ଫି ଏବଂ ଆର୍ବିଟ୍ରେସନ୍ ନିଷ୍ପତ୍ତିର ଆନ୍ତର୍ଜାତୀୟ ମାନ୍ୟତା ହେତୁ ବିବାଦରେ ଜଡିତ ପକ୍ଷମାନଙ୍କ ପାଇଁ ଆର୍ବିଟ୍ରେସନରେ ଅନେକ ସୁବିଧା ରହିଛି |
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ୱାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
୨୦୧୯ ନୂତନ କରୋନାଭୂତାଣୁ ବା ଊହାନ କରୋନାଭୂତାଣୁ ଏକ ବିଶେଷ ପ୍ରକାରର ଭୂତାଣୁ ଯାହା ସଂକ୍ରାମକ ରୋଗ କରୋନାଭୂତାଣୁ ରୋଗ ୨୦୧୯ କରାଇଥାଏ । ବର୍ତ୍ତମାନ ଏହାକୁ କେବଳ କରୋନା ଭୂତାଣୁ କୁହାଯାଉଛି, କିନ୍ତୁ ଏହା ସାର୍ସ କୋଭିଡ-୨ ଭାବେ ନାମିତ । ୨୦୧୯ ନୂତନ କରୋନାଭୂତାଣୁଟି ପଜିଟିଭ ସେନ୍ସ ସିଙ୍ଗଲ-ସ୍ଟ୍ରାଣ୍ଡେଡ ଆରଏନଏ ଜେନୋମ(positive-sense single-stranded RNA genome) ବିଶିଷ୍ଟ ଅଟେ । ଏହା ପକ୍ଷୀ ଓ ସ୍ତନ୍ୟପାୟୀ ଜୀବଙ୍କ ଦେହରେ ରୋଗ କରାଉଥିବା ଏକ ପ୍ରକାର ଭୂତାଣୁ ଏହି ଭୂତାଣୁଦ୍ୱାରା ଘଟୁଥିବା ସର୍ବବ୍ୟାପୀ ମହାମାରୀ(Pandemic)କୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଆନ୍ତର୍ଜାତୀୟ ସ୍ୱାସ୍ଥ୍ୟ ଆପାତକାଳ ଘୋଷଣା କରିଛି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଜୀବବିଜ୍ଞାନରେ ପର୍ବ ହେଉଛି ବିଭାଗୀକରଣର ଏକ ସ୍ତର ଯାହା ସାମ୍ରାଜ୍ଯର ନିମ୍ନରେ ଓ ବର୍ଗର ଉପରେ ରହିଥାଏ। ପାରମ୍ପରିକ ଭାବରେ ଉଦ୍ଭିଦବିଜ୍ଞାନରେ ଏହା ବଦଳରେ ବିଭାଗର ବହୁଲ ବ୍ବହାର ହୁଏ । କିନ୍ତୁ ଅନ୍ତର୍ରାଷ୍ଟ୍ରୀୟ ଶୈବାଳ, କବକ ଓ ଉଦ୍ଭିଦ ନାମକରଣ ସୂତ୍ର ଏହି ପଦଦ୍ୱୟକୁ ସମଦୃଷ୍ଟିରେ ଦେଖିଥାଏ । ସଜ୍ଞା ଆଧାରରେ ପ୍ରାଣୀସାମ୍ରାଜ୍ଯରେ ପ୍ରାୟ ୩୫ଟି , ଉଦ୍ଭିଦସାମ୍ରାଜ୍ଯରେ ପ୍ରାୟ ୧୪ଟି ଏବଂ କବକସାମ୍ରାଜ୍ଯରେ ପ୍ରାୟ ୮ଟି ପର୍ବ ରହିଛି ।
ଦ୍ୱିଆଜୋଭୋଜୀମାନେ ବାୟୁମଣ୍ଡଳସ୍ଥ ଯବକ୍ଷାରଜାନକୁ ବିବନ୍ଧନ କରି ଜୈବ-ବ୍ୟବହାରଯୋଗ୍ଯ ଆମୋନିଆରେ ପରିଣତ କରୁଥିବା ବ୍ଯାକ୍ଟେରୀଆ ଓ ଆର୍କିଆ ଅଟନ୍ତି।ଦ୍ୱିଆଜୋଭୋଜୀମାନେ ବାହ୍ଯ ବିବନ୍ଧିତ-ଯବକ୍ଷାରଜାନ ଉତ୍ସର ଅନୁପସ୍ଥିତିରେ ମଧ୍ଯ ବଢିପାରୁଥିବା ଅଣୁଜୀବ। ଉଦାହରଣ ସ୍ବରୂପ - ରାଇଜୋବୀୟ, ଫ୍ରାଙ୍କିଆ (ସହଜୀବୀତାରେ) ଓ ଆଜୋସ୍ପିରିଲମ୍। ସମସ୍ତ ଦ୍ୱିଆଜୋଭୋଜୀମାନେ ଲୌହ-ମୋଲିବ୍ଡେନମ୍ କିମ୍ବା ଲୌହ-ଭାନାଡିଅମ୍ ନାଇଟ୍ରୋଜେନେଜ-ତନ୍ତ୍ର ରଖିଥାନ୍ତି। କ୍ଲେବ୍ସିଏଲା ନିମୋନ୍ଯେ ଓ ଆଜୋଟୋବ୍ଯାକ୍ଟର୍ ଭିନେଲାନ୍ଦିର ନାଇଟ୍ରୋଜେନେଜ-ତନ୍ତ୍ର ଉପରେ ଅଧିକ ଅଧ୍ଯୟନ କରାଯାଇଛି। ଏଗୁଡିକ ଶୀଘ୍ର ବୃଦ୍ଧି ପାଉଥିବାରୁ ଅଧିକ ବ୍ଯବହାର କରାଯାଏ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
କରୋନାଭୂତାଣୁ ରୋଗ ୨୦୧୯ ବା କରୋନାଭାଇରସ ରୋଗ ୨୦୧୯ (Coronavirus disease 2019 - COVID-19) ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ଦ୍ୱାରା (SARS କରୋନାଭାଇରସ ୨ କିମ୍ବା SARS-CoV-2) ବ୍ୟାପୁଥିବା ଏକ ସଂକ୍ରାମକ ରୋଗ । କରୋନାଭାଇରସ ୨ SARS ଭୂତାଣୁ ସହିତ ସମ୍ବନ୍ଧିତ । ଏହି ରୋଗ ୨୦୧୯-୨୦ କରୋନାଭାଇରସ ବ୍ୟାପିବାର କାରଣ । ପ୍ରଭାବିତ ଲୋକେ ଜ୍ୱର, ଶୁଖିଲା କାଶ, ଥକା ଏବଂ ନିଶ୍ୱାସ ପ୍ରଶ୍ୱାସର ଅସୁବିଧା ଅନୁଭବ କରିପାରନ୍ତି ।ଗଳା ଯନ୍ତ୍ରଣା, ସିଂଘାଣୀ ନାକ କିମ୍ବା ଛିଙ୍କିବା ସେତେ ହୁଏନାହିଁ । ରୋଗର ପ୍ରଭାବ ବଢ଼ିଲେ ଏହା ନିମୋନିଆ ଏବଂ ବହୁ-ଅଙ୍ଗ ଅକାମୀ ଆଡ଼କୁ ଗତି କରିପାରେ ।ସଂକ୍ରମଣ କାଶ କିମ୍ବା ଛିଙ୍କିବା ସମୟରେ ନାକପୁଡ଼ାରୁ ଶ୍ୱାସଦେଇ ନିର୍ଗତ ବୁନ୍ଦା ମାଧ୍ୟମରେ ଜଣେ ବ୍ୟକ୍ତିଙ୍କଠାରୁ ଅନ୍ୟକୁ ବ୍ୟାପିଥାଏ । ସଂସର୍ଗ ହେବାଠାରୁ ରୋଗର ଲକ୍ଷଣ ଆରମ୍ଭ ହେବା ଯାଏ ସମୟ ସାଧାରଣତଃ ୨ରୁ ୧୪ ଦିନ ମଧ୍ୟରେ ଓ ହାରାହାରି ୫ ଦିନ ଧରି ହୋଇଥାଏ । ରୋଗ ନିର୍ଣ୍ଣୟର ମାନକ ପଦ୍ଧତି ହେଉଛି ନାସୋଫାରିଞ୍ଜିଆଲ ସ୍ୱାବ କିମ୍ବା ସ୍ପୁଟମ ନମୁନାରୁ ରିଭର୍ସ ଟ୍ରାନ୍ସକ୍ରିପସନ ପଲିମେରେଜ ଚେନ ରିଆକସନ (rRT-PCR) । ଫଳାଫଳ କିଛି ଘଣ୍ଟାରୁ ୨ ଦିନ ମଧ୍ୟରେ ମିଳିଥାଏ । ରକ୍ତ ସେରମ ନମୁନା ବ୍ୟବହାର କରି ଆଣ୍ଟିବଡ଼ି ଅନୁଧ୍ୟାନ (ଇମ୍ୟୁନୋଆସେ) ମଧ୍ୟ ବ୍ୟବହାର କରାଯାଇପାରେ ଓ ଫଳାଫଳ କିଛି ଦିନ ମଧ୍ୟରେ ମିଳିପାରିବ । ନିମୋନିଆର ବୈଶିଷ୍ଟ୍ୟ ଦେଖାଉଥିବା ଲକ୍ଷଣ, ବିପଦ କାରଣ ଏବଂ ଛାତି ସିଟି ସ୍କାନର ମିଶ୍ରଣରୁ ଏହି ସଂକ୍ରମଣ ମଧ୍ୟ ନିର୍ଣ୍ଣୟ କରାଯାଇପାରେ ।ଆପଣମାନେ ସରକାରୀ ୱେବସାଇଟ୍ ଏବଂ ସରକାରୀ ମୋବାଇଲ୍ ଆପ୍ଲାଇଭେସନ୍ ବ୍ୟବହାର କରି ଆପଣଙ୍କର ଅବସ୍ଥାନ କରୋନା ରୋଗୀକୁ ଟ୍ରାକ୍ କରିପାରିବେ |
ଦୁର୍ଗା ପୂଜା ଆଶ୍ୱିନ ମାସରେ ହିନ୍ଦୁମାନେ ପାଳନ କରୁଥିବା ଏକ ଉତ୍ସବ । ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣିତ ଅଛି ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶୀର୍ବାଦରୁ ରାଜ୍ୟହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧି ବୈଶ୍ୟ ମଧ୍ୟ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ । ସମସ୍ତ ଦେବତା ଯେବେ ମହିଷାସୁରର ଅତ୍ୟାଚାରରେ ସନ୍ତ୍ରପ୍ତ ହୋଇ ବ୍ରହ୍ମାଙ୍କ ଶରଣାପନ୍ନହେଲେ ସେତେବେଳେ ବ୍ରହ୍ମା, ଶ୍ରୀବିଷ୍ଣୁ ଓ ଶିବଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜଦ୍ୱାରା ଦୁର୍ଗାଙ୍କୁ ଆବାହନ କଲେ, ଏବଂ ଦେବୀ ଦୁର୍ଗା ପ୍ରକଟୀତା ହେଲେ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ,ଶେଷରେ ଦେବୀ ସିଂହ ବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ । ଅନେକ ସମୟ ଯୁଦ୍ଧ କଲାପରେ ଦେବୀ ଶୂଳଦ୍ୱାରା ମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଗଦ୍ୱାରା ଶିରଚ୍ଛେଦ କଲେ । ସେହି ସମୟ ଥିଲା ଚୈତ୍ର ଶୁକ୍ଳ ପକ୍ଷ ଅଷ୍ଟମୀ ଓ ନବମୀର ସନ୍ଧିକ୍ଷଣ, ତେଣୁ ଏହିସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ ।
ପ୍ରେମାନନ୍ଦ କାଲୋ (୭ ମଇ ୧୯୩୦ - ୨୬ ମାର୍ଚ୍ଚ ୧୯୭୯) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୭୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ତଳସରା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ .
ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ (SARS-CoV-2)ଦ୍ୱାରା ସୃଷ୍ଟି ହୋଇଥିବା ସଂକ୍ରାମକ ରୋଗ କରୋନାଭୂତାଣୁର ବିଶ୍ୱବ୍ୟାପୀ ମହାମାରୀ ୨୦୧୯ (କୋଭିଡ-୧୯/COVID-19) ପ୍ରଥମେ ୨୦୨୦ ମାର୍ଚ୍ଚ ୧୬ ତାରିଖରେ ଓଡ଼ିଶାରେ ବ୍ୟାପିଥିବା କଥା ନିଶ୍ଚିତ ହୋଇଥିଲା । ପ୍ରଥମ ସଂକ୍ରମିତ ରୋଗୀ ଇଟାଲୀରୁ ନୂଆ ଦିଲ୍ଲୀ ଦେଇ ଫେରିଥିବା ଜଣେ ଓଡ଼ିଆ । ରୋଗ ଚିହ୍ନଟ ହେବା ପରେ ସେ ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସପିଟାଲରେ ଚିକିତ୍ସିତ ହୋଇ ଅପ୍ରେଲ ୩ ତାରିଖ ଦିନ ସୁସ୍ଥ ହୋଇ ବାହାରିଥିଲେ । ଅପ୍ରେଲ ୪ ତାରିଖ ସୁଦ୍ଧା ଓଡ଼ିଶାର ମୋଟ ରୋଗୀ ସଂଖ୍ୟା ୨୦ ହୋଇଥିଲା । ଆଗରୁ ସମଗ୍ର ଭାରତରେ ୨୦୨୦ ଅପ୍ରେଲ ୨୪ରୁ ଅପ୍ରେଲ ୧୪ ଯାଏ ଲାଗୁ ହୋଇଥିବା ତାଲାବନ୍ଦ (ଲକଡାଉନ) ଭିତରେ କୋଭିଡ-୧୯ ଅଧିକ ବ୍ୟାପିବାରୁ ରୋକିବା ପାଇଁ ଓଡ଼ିଶା ସରକାର ଭୁବନେଶ୍ୱର, କଟକ ଓ ଭଦ୍ରକ ୪୮ ଘଣ୍ଟା ପାଇଁ ସମ୍ପୂର୍ଣ୍ଣ ବନ୍ଦ କରିବା ନିମନ୍ତେ ଅପ୍ରେଲ ୪ ତାରିଖ ଦିନ ନିଷ୍ପତ୍ତି ନେଇଥିଲେ ।ଓଡ଼ିଶା ୨୦୨୦ ମାର୍ଚ୍ଚ ମାସ ଆରମ୍ଭରେ କୋଭିଡ-୧୯ ସଂକ୍ରମଣକୁ ରୋକିବା ପାଇଁ ପ୍ରସ୍ତୁତି ହେବା ଆରମ୍ଭ କରିଥିଲା । ଏହି ମହାମାରୀର ପରିଚାଳନା ପାଇଁ ଓଡ଼ିଶା ସରକାର ଓଡ଼ିଶା କୋଭିଡ-୧୯ ନିୟମାବଳୀ, ୨୦୨୦ ଲାଗୁକରିବା ସହ ଏହି ଉଦ୍ଦେଶ୍ୟରେ ଗଠିତ କୋଭିଡ-୧୯ ମୁକାବିଲା କମିଟିର ମୁଖ୍ୟ ଭାବେ ସୁବ୍ରତ ବାଗଚୀଙ୍କୁ ନିଯୁକ୍ତି ଦେଇଥିଲେ ।ଏହାଛଡା କରୋନା ସଂକ୍ରମଣ ଏବଂ ତଜ୍ଜନିତ ତାଲାବନ୍ଦ ଭଳି ଅଭାବନୀୟ ପରିସ୍ଥିତିରେ ଅତ୍ୟାବଶ୍ୟକୀୟ ସାମଗ୍ରୀର ଆମଦାନି ତଥା ରପ୍ତାନୀ ନିୟନ୍ତ୍ରଣ କରିବା ସହ ଲକଡାଉନ ବା ସଟଡାଉନ ଭଳି ପରିସ୍ଥିତିରେ ଆଇନ ଉଲ୍ଲଙ୍ଘନକାରୀଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନକୁ ଆଇନ ସମ୍ମତ କରିବା ନିମିତ୍ତ ଓଡ଼ିଶା ସରକାରଙ୍କଦ୍ୱାରା ପ୍ରଣୀତ "The Epidemic Diseases (Amendment) Ordinance, 2020" ଅଧ୍ୟାଦେଶ ଏପ୍ରିଲ ୭ ତାରିଖରେ ରାଜ୍ୟପାଳଙ୍କ ସ୍ୱୀକୃତି ଲାଭ କରିଛି ।
ଓଡ଼ିଶା ପାରମ୍ପରିକ ଭାବେ ଏକ କୃଷି ପ୍ରଧାନ ରାଜ୍ୟ ଅଟେ। ବହୁ ଦଶନ୍ଧି ଧରି ଏହାର ଅର୍ଥନୀତି ମୁଖ୍ୟତ କୃଷି ଉପରେ ହିଁ ନିର୍ଭରଶୀଳ ଥିଲା। ଏହା ଛଡା ଭାରତର ବିଭିନ୍ନ ଖଣିଜ ପଦାର୍ଥର ସିଙ୍ଘଭାଗ ଓଡ଼ିଶାରେ ହିଁ ଅଛି। ତେଣୁ ଖଣିଜ ପଦାର୍ଥ ଉତ୍ତୋଲଣ , ରପ୍ତାନି ଓ ବିଭିନ୍ନ ଧାତବ ପଦାର୍ଥ ଉତ୍ପାଦନ ଓଡ଼ିଶା ଅର୍ଥନୀତିକୁ ବିଶେଷ ଭାବେ ପ୍ରଭାବିତ କରି ଥାଏ। ସ୍ୱାଧୀନତା ପରଠାରୁ ଓଡ଼ିଶା ବହୁ ଦଶନ୍ଧି ଧରି ଏକ ଗରିବ ରାଜ୍ୟ ଭାବେ ରହି ଆସିଥିଲା। କିନ୍ତୁ ଗତ କିଛି ବର୍ଷ ହେଲା ଦ୍ରୁତ ଔଦ୍ୟୋଗିକ ବିକାଶ ଯୋଗୁ ଓଡ଼ିଶାର ଅର୍ଥନୈତିକ ଅଭିବୃଦ୍ଧି ହାର ସାରା ଭାର ବର୍ଷରେ ଆଖିଦୃଶିଆ ଭାବେ ଅଧିକ ରହୁଛି।
କ୍ଲେବ୍ସିଏଲା ନିମୋନ୍ଯେ ଏକ ଗ୍ରାମ୍-ବିରୋଧୀ, ଖୋଳ-ବିହୀନ, ଲାକ୍ଟୋଜ୍-କିଣ୍ୱନକାରୀ, ଇଚ୍ଛାଧୀନ ଅବାୟବ, ବାଡ଼ି ଆକାରର ବ୍ଯାକ୍ଟେରୀଆ ଅଟେ। ମ୍ଯାକ୍କୋଙ୍କି ଆଗାର ଉପରେ ଏହା ମ୍ଯୁକୋଏଡ ଲାକ୍ଟୋଜ୍-କିଣ୍ୱକ ପରି ଦେଖାଯାଏ। ମୁଖ, ଚର୍ମ ତଥା ଅନ୍ତ୍ରନଳୀରେ ମିଳୁଥିଲେ ମଧ୍ଯ ଏହାକୁ ଆଘ୍ରାଣ କଲେ ଏହା ଫୁସଫୁସରେ, ମୁଖ୍ଯତଃ ଆଲଭିଓଲାଇକୁ ଗଭୀର କ୍ଷତି ପହଞ୍ଚାଇ ପାରେ। ଫଳରେ ସ୍ପୁଟମ ରକ୍ତିମ, ମାଠିଆ ତଥା ହଳଦିଆ ରଙ୍ଗର ହୋଇଯାଏ। ଏହା ଏଣ୍ଟେରୋବ୍ଯାକ୍ଟେରିଆସିର କ୍ଲେବ୍ସିଏଲା ପ୍ରଜାତିର ଅତି ମହତ୍ତ୍ୱପୂର୍ଣ୍ଣ ସଦସ୍ଯ। ଏହା ପ୍ରାକୃତିକ ଭାବରେ ମାଟିରେ ମିଳିଥାଏ ଏବଂ ଅବାୟବିକ ପରିସ୍ଥିତିରେ ଶତକଡା ପ୍ରାୟ ୩୦ ଭାଗ ଉପଜାତି ଯବକ୍ଷାରଜାନ ବିବନ୍ଧନ କରିପାରନ୍ତି। ଏକ ମୁକ୍ତ ଦ୍ୱିଆଜୋଭୋଜୀ ହୋଇଥିବାରୁ ଏହାକୁ ଅଧିକ ଗବେଷିତ କରାଯାଇଛି। ଏହା କୃଷିକାର୍ଯ୍ୟ ପାଇଁ ମହତ୍ତ୍ବପୂର୍ଣ୍ଣ ଏବଂ ଶସ୍ଯ ଅମଳରେ ବୃଦ୍ଧି କରିପାରିବ ବୋଲି ପରୀକ୍ଷା କରାଯାଇ ସାରିଛି।ଏହା କ୍ଲେ.
ଦମୟନ୍ତୀ ବେଶ୍ରା (ଜନ୍ମ: ୧୯ ଫେବୃଆରୀ ୧୯୬୨) ଜଣେ ଭାରତୀୟ ସାନ୍ତାଳୀ-ଭାଷୀ ଲେଖିକା । ୧୯୯୪ରେ "ଜିୱି ଝର୍ନା" ନାମକ କବିତା ସଂକଳନ ଲେଖି ସେ ସାନ୍ତାଳୀ ଭାଷାର ପ୍ରଥମ ଲେଖିକା ଭାବେ ପରିଚିତ ହୋଇଥିଲେ । ତାଙ୍କର "ସାୟ୍ ସାହେଦ୍" କବିତା ସଂକଳନ ପାଇଁ ସେ ୨୦୧୦ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନୀତ । ୨୦୧୧ ମସିହାରୁ ସେ "କଦମ ଦାର" ନାମକ ସାନ୍ତାଳୀ ପତ୍ରିକା ପ୍ରକାଶ କରିଆସୁଛନ୍ତି । ସେ ସାନ୍ତାଳୀ ଭାଷାରେ ୧୧ ଗୋଟି ଓ ଓଡ଼ିଆରେ ପାଞ୍ଚଟି ବହି ରଚନା କରିଛନ୍ତି । ସାନ୍ତାଳୀରେ ତାଙ୍କର ସାହିତ୍ୟିକ କୃତି ନିମନ୍ତେ ତାଙ୍କୁ ୨୦୨୦ ମସିହାରେ ପଦ୍ମଶ୍ରୀ ସମ୍ମାନ ମିଳିଥିଲା ।
ଭାରତର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ
ଭାରତ ଏକ ସଂଗଠିତ ଗଣରାଜ୍ୟ ଏହା ଅଠେଇସିଟି ରାଜ୍ୟ ଓ ଆଠଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭାଜିତ ହୋଇଛି । ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପୁନର୍ବାର ଜିଲ୍ଲା ଆଦିରେ ଉପବିଭାଜିତ ହୋଇଛନ୍ତି । .
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ମହାମାୟୀ ଦୁର୍ଗା ସମଗ୍ର ଦେବକୁଳର ସର୍ବୋତ୍ତମ ଅସ୍ତ୍ରଗୁଡିକର ଅଧିକାଅରିଣୀ । ସେ ମଧ୍ୟ ସେସବୁ ଅସ୍ତ୍ରର ପ୍ରୟୋଗକାରିଣୀ । ପଶୁରାଜ ସିଂହ ଦୁର୍ଗାଙ୍କ ବାହାନ । ତାଙ୍କ ଅଙ୍ଗଭୂଷଣ ତଥା ଅଙ୍ଗରକ୍ଷୀ ଭାବେ କାର୍ଯ୍ୟ କରୁଛନ୍ତି ବିଷଧର ନାଗକୁଳ । ମାର୍କଣ୍ଡେୟ ପୁରାଣ ଅନ୍ତର୍ଗତ ‘ଚଣ୍ଡୀ’ରେ କୁହାଯାଇଛି ଭଗବତୀ ଚଣ୍ଡିକା ମହାମାୟା ଏବଂ ସନାତନୀ ଦେବୀ ହେଇଥିଲେ ହେଁ ବିଶ୍ୱର କଲ୍ୟାଣ ପାଇଁ ସେ ବାରମ୍ବାର ଆବିର୍ଭୂତା ହୋଇଥାନ୍ତି । ପ୍ରତ୍ୟେକ ମନୁଷ୍ୟର ଶରୀରରେ ଆଦ୍ୟାଶକ୍ତି କୁଳକୁଣ୍ଡଳିନୀ ରୂପେ ବିରାଜିତା । ସୃଷ୍ଟିର ପ୍ରଥମ ଉଚ୍ଚାରଣ ମା’ । ସେ ଗର୍ଭଧାରିଣୀ ଲାଳନପାଳନ କର୍ତ୍ତ୍ରୀ ତଥା ତ୍ୟାଗ,ଦୟା,ଦୟା, କ୍ଷମା ଓ ମମତାର ପ୍ରତୀକାତ୍ମକ ରୂପ । ମା’ଙ୍କର ଉପାସନା ଇତିହାସର ବର୍ଗବନ୍ଧନୀଠାରୁ ମଧ୍ୟ ବହୁ ପୁରାତନ । ଆଦ୍ୟାଶକ୍ତି ଭାବେ ସେ ସର୍ବଶକ୍ତିମୟୀ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡ଼ି ଜଗନ୍ନାଥ ଦାସ ସମ୍ମାନ , ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି । ତାଙ୍କର ଲେଖାରେ ଗଭୀର ସତକଥା, ନାନା ଅସୁବିଧା ଭିତରେ ଲୁଚି ରହିଥିବା ଘଟଣାକୁ ଏକାସାଙ୍ଗରେ ବ୍ୟଙ୍ଗ ଓ ଗଭୀର ନିଦର୍ଶନ ମିଳେ ।
ଗୋପାଳ ଚନ୍ଦ୍ର ପ୍ରହରାଜ (୧୮୭୪-୧୯୪୫) ଜଣେ ଖ୍ୟାତନାମା ଓଡ଼ିଆ ଭାଷାବିଦ, ଲେଖକ ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ଏକ ସମ୍ଭ୍ରାନ୍ତ ଜମିଦାର ବ୍ରାହ୍ମଣ ପରିବାରରେ ହୋଇଥିଲା । ପେଷାରେ ଜଣେ ଓକିଲ ହୋଇଥିଲେ ମଧ୍ୟ ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।
ବଳଦେବ ରଥ (୧୭୮୯ - ୧୮୪୫) ଗଞ୍ଜାମ ଜିଲ୍ଲାର ଜଣେ ଓଡ଼ିଆ ରୀତି ଯୁଗର କବି । ସେ କବିସୂର୍ଯ୍ୟ ଭାବେ ପରିଚିତ । ଏକାଧାରରେ ଜଣେ କବି ଓ ସଙ୍ଗୀତକାର ଭାବରେ କବିତା, ଚମ୍ପୂ ଆଦିର ରଚନା କରି ସ୍ୱରସଂଯୋଜନା କରିଥିଲେ । ଗଞ୍ଜାମ ଜିଲ୍ଲାର ଢୁମ୍ପା ସଙ୍ଗୀତକୁ କବିସୂର୍ଯ୍ୟ ଆରମ୍ଭ କରିଥିଲେ ଓ ଗୀତ ରଚନା କରିଥିଲେ । ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।
ଯବକ୍ଷାରଜାନ ବିବନ୍ଧନ ପ୍ରକ୍ରିୟାରେ ବାୟୁମଣ୍ଡଳସ୍ଥ ଯବକ୍ଷାରଜାନ, ଆମୋନିଆ ତଥା ଅନ୍ଯାନ୍ଯ ଯୌଗିକରେ ପରିଣତ କରାଯାଇ ମାଟିରେ ମିଶାଯାଏ । ବାୟୁମଣ୍ଡଳସ୍ଥ ଯବକ୍ଷାରଜାନ ସାଧାରଣତଃ ଦ୍ୱି-ଯବକ୍ଷାରଜାନ, ଏକ ପ୍ରାୟଃ-ନିଷ୍କ୍ରିୟ ଅଣୁ ଏବଂ କେତେକ ଅଣୁଜୀବ ଛଡ଼ା ଅଧିକାଂଶ ଜୀବଙ୍କର ଚୟାପଚୟରେ ବ୍ଯବହାର ହେଉନଥିବା ଅଦରକାରୀ ପଦାର୍ଥ । ଜୈବ-ଯବକ୍ଷାରଜାନ ବିବନ୍ଧନରେ ରାଇଜୋବୀୟ ଭଳି କେତେକ ଅଣୁଜୀବ ଯବକ୍ଷାରଜାନକୁ ଆମୋନିଆରେ ପରିଣତ କରିଥାନ୍ତି ଫଳରେ ଏହା ଅନ୍ୟ ଜୀବମାନଙ୍କ ମେଟାବୋଲିଜିମରେ ବ୍ୟବହୃତ ହୋଇଥାଏ ।
ଦୁର୍ଗା ପୂଜା ହିନ୍ଦୁଧର୍ମାବଲମ୍ବୀମାନଙ୍କର ତଥା ଓଡ଼ିଶାର ଏକ ପ୍ରମୁଖ ପର୍ବ । ଏହି ପର୍ବର ଶେଷ ଦିନଟିକୁ ଦଶହରା ବା ବିଜୟା ଦଶମୀ ନାମରେ ପରିଚିତ । ଦୁର୍ଗା ପୂଜା ଶକ୍ତି ଉପାସନାର ପର୍ବ । ଏହା ବିଭିନ୍ନ କୁଳାଚାର ମତେ ଷୋଳଦିନ, ନଅଦିନ ବା ତିନିଦିନ ଧରି ପାଳିତ ହୁଏ । ମୁଖ୍ୟତଃ ଶରତ ଋତୁର ଆଶ୍ୱିନ ଶୁକ୍ଲପକ୍ଷ ପ୍ରତିପଦ ଠାରୁ ନବମୀ ବିଶେଷଭାବେ ଦେବୀଙ୍କ ପୂଜନର ପ୍ରକୃଷ୍ଟ ସମୟ ହୋଇଥିଲେ ହେଁ ଚୈତ୍ର ଶୁକ୍ଲ ପକ୍ଷରେ ମଧ୍ୟ ଏହା ବାସନ୍ତୀ ନବରାତ୍ର ରୂପେ ପାଳନ କରାଯାଇଥାଏ । ଦେବୀ ପୁରାଣ ଓ କାଳିକା ପୁରାଣରେ ଦୁର୍ଗାପୂଜାକୁ ଶାରଦୀୟ ପାର୍ବଣ କୁହାଯାଉଥିବା ବେଳେ ମାର୍କଣ୍ଡେୟ ପୁରାଣରେ ବାର୍ଷିକୀ ଶାରଦ ପୂଜନ କୁହାଯାଏ । ଦେବୀ ଦୁର୍ଗା ଦୁଃଖନାଶିନୀ।ନବରାତ୍ରୀରେ ଦୁର୍ଗାଙ୍କୁ ଶ୍ରଦ୍ଧାର ସହ ପୂଜା କଲେ ଉପାସକ ନବଶକ୍ତି ପ୍ରାପ୍ତ ହେଇଥାନ୍ତି । ଶାରଦୀୟ ନବରାତ୍ରୀ କାଳରେ ବ୍ରହ୍ମାଣ୍ଡର ସମସ୍ତ ଗ୍ରହ ସକ୍ରିୟ ଥିବାରୁ ଶକ୍ତି ଉପାସକଙ୍କର କୈଣସି ଅନିଷ୍ଟ ହୁଏନାହିଁ । ଦୁର୍ଗାଙ୍କର ଏହି ନବଶକ୍ତି ଜାଗ୍ରତ କରିବା ପାଇଁ ନବାର୍ଣ୍ଣ ବା ନବାକ୍ଷରୀ ମନ୍ତ୍ର ଜପ କରିବା ପାଇଁ ପରାମର୍ଶ ଦିଆଯାଇଛି । ନବର ଅର୍ଥ ନଅ ଓ ଅର୍ଣର ଅର୍ଥ ଅକ୍ଷର । ନବାର୍ଣ୍ଣ ମନ୍ତ୍ରଟି ହେଉଛି - ଐଂ ହ୍ଲୀଂ କ୍ଲୀଂ ଚାମୁଣ୍ଡାୟୈ ବିଚ୍ଚେ।ଏହି ମନ୍ତ୍ରର ପ୍ରତ୍ୟେକ ଅକ୍ଷର ଦୁର୍ଗାଙ୍କ ଗୋଟିଏ ଗୋଟିଏ ଶକ୍ତିର ପରିଚାୟକ ।
ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ରାମଚନ୍ଦ୍ର ମିଶ୍ର , ଜଣେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ନାଟ୍ୟକାର ଥିଲେ । ସେ ୪୦ଟିରୁ ଅଧିକ ନାଟକ ରଚନା କରିଛନ୍ତି । ମଧ୍ୟବିତ୍ତ ପରିବାରର ସୁଖଦୁଃଖର କାହାଣୀ ତାଙ୍କ ନାଟକରେ ବିଶେଷ ସ୍ଥାନ ପାଇଥିଲା । ରାମଚନ୍ଦ୍ର ମିଶ୍ର ୧୯୨୦ ମସିହା ଅକ୍ଟୋବର ୧୨ ତାରିଖ ଦିନ ପୂର୍ବତନ ଦଶପଲ୍ଲା ଗଡ଼ଜାତ ରାଜ୍ୟରେ ଜନ୍ମ ଗ୍ରହଣ କରିଥିଲେ । କଟକ ମିଶନ୍ ସ୍କୁଲ୍ରୁ ମାଟ୍ରିକ୍ ପାଶ୍ କଲାପରେ, ସେ ରେଭେନ୍ସା ମହାବିଦ୍ୟାଳୟରୁ ବି.ଏ, ଓ ଆଇନ୍ କଲେଜରୁ ବି.
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ପ୍ରାଣୀ, ସାଧାରଣତଃ ବହୁକୋଷିକା ବିଶିଷ୍ଟ ଏକ ୟୁକେରୀୟୋଟିକ (eukaryotic) ଜୀବ ଅଟନ୍ତି । ପ୍ରାଣୀମାନଙ୍କ ଅଧ୍ୟୟନକୁ ପ୍ରାଣୀ ବିଜ୍ଞାନ କୁହାଯାଏ । ଗଛଗୁଡ଼ିକ ଶକ୍ତି ପ୍ରାପ୍ତ କରିବା ପାଇଁ ସୂର୍ଯ୍ୟାଲୋକର ବ୍ୟବହାର କରିଥାନ୍ତି, କିନ୍ତୁ ପ୍ରାଣୀମାନେ ସେଭଳି କରିନଥାନ୍ତି । ପ୍ରାଣୀମାନେ ଅନ୍ୟ ଜୀବିତ ବସ୍ତୁଠାରୁ ଶକ୍ତି ପ୍ରାପ୍ତ କରିବାପାଇଁ ବିଭିନ୍ନ ଉପାୟର ବ୍ୟବହାର କରନ୍ତି । ସେମାନେ ସାଧାରଣତଃ ଅନ୍ୟ ଜୀବନ୍ତ ବସ୍ତୁକୁ ଖାଇଥାନ୍ତି । ପ୍ରାଣୀ କିମ୍ବା ଜନ୍ତୁ "ଆନିମାଲିଆ" (Animalia) କିମ୍ବା "ମେଟାଜୋଆ" (Metazoa) ଜଗତ (ଜୀବ ବିଜ୍ଞାନ)ର ବହୁକୋଷିକୀୟ ଜନ୍ତୁସମ ପୋଷଣ ପ୍ରଦର୍ଶନ କରୁଥିବା ଏବଂ ୟୁକେରୀୟୋଟିକ ଜୀବର ଏକ ମୁଖ୍ୟ ସମୂହ ଅଟେ । ଜନ୍ମହେବା ପରେ ଯେପରି କୌଣସି ପ୍ରାଣୀ ବଡ଼ ହୁଏ , ତାହାର ଶାରୀରିକ ଯୋଜନା ନିର୍ଦ୍ଧାରିତ ରୂପେ ବିକଶିତ ହେବାରେ ଲାଗିଥାଏ । କିଛି ପ୍ରାଣୀ ଜୀବନରେ ଆଗକୁ ଯାଇ କାର୍ଯ୍ୟାନ୍ତରଣ /ରୂପାନ୍ତରଣ (metamorphosis) ପକ୍ରିୟାରେ ଅତିକ୍ରମ କରିଥାନ୍ତି । ଅଧିକାଂଶ ଜନ୍ତୁ ଗତିଶୀଳ ହୋଇଥାନ୍ତି, ଅର୍ଥାତ ସ୍ୱତନ୍ତ୍ର ରୂପେ ଗତି କରିପାରନ୍ତି ।
'ରବୀନ୍ଦ୍ରନାଥ ଠାକୁର ' ( (listen); ଛାଞ୍ଚ:IPA-bn), (୧୮୬୧-୧୯୪୧) ଏକାଧାରରେ ଜଣେ କବି, ଚିତ୍ରଶିଳ୍ପୀ, ସଂଗୀତଜ୍ଞ, ଶିକ୍ଷାବିତ, ଗାଳ୍ପିକ ଓ ଦାର୍ଶନିକ ଥିଲେ । ତାଙ୍କୁ ବଙ୍ଗଳା ଭାଷାର ସର୍ବଶ୍ରେଷ୍ଠ ସାହିତ୍ୟକ ବୋଲି ଧରାଯାଏ । ଭାରତୀୟ ଭାଷା ଅନୁସାରେ ତାଙ୍କ ନାମ ରବିଦ୍ରନାଥ ଠାକୁର ଥିଲା । ତାଙ୍କୁ "ବଙ୍ଗଳାର ପକ୍ଷୀ" ବୋଲି ଆଖ୍ୟା ଦିଆଯାଇଥିଲା ।ଭାରତୀୟମାନଙ୍କ ମଧ୍ୟରେ ସେ ସର୍ବ ପ୍ରଥମେ ନୋବେଲ ପୁରସ୍କାର ଲାଭ କରିଥିଲେ । ଟାଗୋର ବହୁତ ଗଳ୍ପ, କବିତା, ଓ ନାଟକ ରଚନା କରିଥିଲେ ଓ ତା' ସହ ବହୁତ ଗୀତ ଓ ସଙ୍ଗୀତ ଲେଖିଥିଲେ । ରବୀନ୍ଦ୍ରନାଥଙ୍କ ୫୨ଟି କାବ୍ୟଗ୍ରନ୍ଥ, ୩୮ଟି ନାଟକ, ୧୩ଟି ଉପନ୍ୟାସ, ୩୬ଟି ପ୍ରବନ୍ଧ, ୯୬ କ୍ଷୁଦ୍ର ଗଳ୍ପ ଓ ୧୯୧୫ ସଙ୍ଗୀତ ପ୍ରକାଶିତ ହୋଇସାରିଛି । ରବୀନ୍ଦ୍ରନାଥଙ୍କ ରଚନା ବିଭିନ୍ନ ଭାଷାରେ ଅନୁବାଦିତ ହୋଇସାରିଛି । ଗୀତାଞ୍ଜଳିର ଲେଖକ ଓ ତାଙ୍କର ଗଭୀର ସମ୍ବେଦନଶୀଳ, ତାଜା, ସୁମଧୁର କବିତା; ୧୯୧୩ ମସିହାରେ ଗୀତାଞ୍ଜଳି କବିତାଗ୍ରନ୍ଥର ଇଂରାଜୀ ଅନୁବାଦ ପାଇଁ ସେ ନୋବେଲ ପୁରସ୍କାର ଲାଭ କରିଥିଲେ । ତାଙ୍କଦ୍ୱାରା ରଚିତ ସଂଗୀତ ୨ଟି ଦେଶ, ନିଜ ନିଜ ଦେଶର ଜାତୀୟ ସଂଗୀତ ଭାବେ ବାଛି ନେଇଛନ୍ତି: ଭାରତ "ଜନ ଗଣ ମନ" ଓ ବାଂଲାଦେଶ "ଆମର୍ ସୋନାର ବଙ୍ଗଲା" । ଶ୍ରୀଲଙ୍କାର ଜାତୀୟ ସଂଗୀତ ମଧ୍ୟ ଟାଗୋରଙ୍କ ଠାରୁ ପ୍ରେରଣା ଲାଭ କରିଥିଲା । ଗୋଟେ ପିରାଲୀ ବ୍ରାହ୍ମଣ କଲିକତାର ପୈତୃକ ସମ୍ଭ୍ରାନ୍ତ ଶ୍ରେଣୀର ଲୋକ ଜେସର ସହର ସହ ସମ୍ପର୍କିତ, ସେ ଯେତେବେଳେ ୮ବର୍ଷ ବୟସର ହେଇଥିଲେ ସେତେବେଳେ ସେ ଲେଖା ଆରମ୍ଭ କରିଥିଲେ । ଷୋହଳ ବର୍ଷ ବୟସରେ, ସେ ଭାନୁସିଂହ ନାମକ ଛଦ୍ମ ନାମ ଉପଯୋଗ କରି ନିଜର କବିତାକୁ ଉନ୍ମୋଚନ କରିଥିଲେ । ସେହି କବିତାଗୁଡିକୁ ସାହିତ୍ୟିକ ମହଲରୁ ଅନେକ ପ୍ରଶଂସା କରାଯାଇଥିଲା । ଅନୁବାଦରେ ତାଙ୍କ କବିତା ଅଧ୍ୟତ୍ମିକ ଓ ସୁଲଳିତ ଥିଲା ,କିନ୍ତୁ ତାଙ୍କର ରୁଚିପୂର୍ଣ ଗଳ୍ପ ଓ ସୁମଧୁର କବିତା ବହୁତ ସମୟ ପର୍ଯ୍ୟନ୍ତ ବଙ୍ଗଳା ବାହାରେ ଜଣା ନ ଥିଲା ।୧୮୭୭ ମସିହାରେ ସେ ନିଜେ ଛୋଟ ଗଳ୍ପ ଓ ନାଟକ ନିଜ ନାମରେ ପ୍ରକାଶନ କରି ଥିଲେ । ସେ ଜଣେ ମାନବବାଦୀ, ଭୌମିକତା, ଅନ୍ତରାଷ୍ଟ୍ରୀୟବେଦୀ ଥିଲେ । ସେ ବ୍ରିଟିଶ ଶାସନର ନିନ୍ଦା ଓ ଭାରତର ସ୍ୱଧୀନ ପାଇଁ ଓକିଲାତି କରୁଥିଲେ । ବଙ୍ଗଳା ପୁନଃଜାଗରଣ ର ପ୍ରତିବାଦକ ରୂପରେ ,ସେ ଚିତ୍ର, ଚିତ୍ରାଙ୍କନ , ୧୦୦ ବହି, କିଛି ୨୦୦୦ ସଂଖ୍ୟକ କବିତା, ଇଚ୍ଛାପତ୍ର ସାମିଲ ଥିଲା, ତାଙ୍କଦ୍ୱାରା ବିଶ୍ୱ ଭାରତୀୟ ବିଶ୍ୱବିଦ୍ୟାଳୟ ସ୍ଥାପିତ ହୋଇଥିଲା ।
କୋଷଶାସ୍ତ୍ରରେ କୋଷାଙ୍ଗ ବା କୋଷ ଅଙ୍ଗିକା, ଜୀବକୋଷରେ ଥିବା କାର୍ଯ୍ଯରତ କ୍ଷୁଦ୍ର ଗଠନାଦିକୁ ବୁଝାଏ । ଜୀବଶରୀରର ଅଙ୍ଗ ପରି କୋଷ ମଧ୍ଯରେ ରହୁଥିବାରୁ ଏପରି ନାମକରଣ କରାଯାଇଛି । କୋଷାଙ୍ଗଗୁଡ଼ିକ ନିଜସ୍ୱ ମେଦଦ୍ୱିସ୍ତର ଦ୍ୱାରା ଘୋଡାଇ ହୋଇ ରହିଥାନ୍ତି (ଝିଲ୍ଲୀ ବିଶିଷ୍ଟ କୋଷାଙ୍ଗ)କିମ୍ବା କୌଣସି ଆବରଣ ବା ଝିଲ୍ଲୀ ବିନା ଉନ୍ମୁକ୍ତ ରହିଥାନ୍ତି (ଝିଲ୍ଲୀ ବିହୀନ କୋଷାଙ୍ଗ) । ଅଧିକାଂଶ କୋଷାଙ୍ଗ କୋଷ ମଧ୍ଯରେ ରହିଥାନ୍ତି, କିନ୍ତୁ କୂଟପାଦ ପରି କେତେକ କୋଷାଙ୍ଗ କୋଷ ବାହାରକୁ ବିସ୍ତାରିଥାନ୍ତି ।ସୁନ୍ଯଷ୍ଟୀୟ କୋଷରେ ଅନେକ ପ୍ରକାରର କୋଷାଙ୍ଗ ଦେଖାଯାନ୍ତି। ଏଥିରେ କୋଷର ଅନ୍ତର୍ଝିଲ୍ଲୀତନ୍ତ୍ର ଗଠନ କରୁଥିବା ନ୍ଯଷ୍ଟିଝିଲ୍ଲୀ, ଅନ୍ତର୍ଜୀବକ-ଜାଲିକା ଏବଂ ଗୋଲ୍ଗିବୋଡ଼ି ତଥା ମାଇଟୋକଣ୍ଡ୍ରିଆ ଆଦି ଅନ୍ତର୍ଭୁକ୍ତ। ସୁନ୍ଯଷ୍ଟିୟକ ପ୍ରାକ୍-ନ୍ଯଷ୍ଟୀୟ କୋଷରେ ଏହି ସବୁ କୋଷାଙ୍ଗ ନ ଥାଏ, କିନ୍ତୁ କେତେକ କୋଷରେ ପୁଷ୍ଟି-ଖୋଳରେ ଆବୃତ ବ୍ଯାକ୍ଟେରୀୟ ମାଇକ୍ରୋପ୍ରକୋଷ୍ଠ ଦେଖାଯାଏ। ଏଗୁଡିକୁ ପ୍ରାଥମିକ ପ୍ରାକ୍-ନ୍ଯଷ୍ଟୀୟ କୋଷାଙ୍ଗ ବୋଲି ଧରାଯାଏ। ତା ଛଡ଼ା ପ୍ରାକ୍-ନ୍ଯଷ୍ଟୀୟ କୋଷଗୁଡ଼ିକରେ ଅନ୍ୟ ଝିଲ୍ଲୀ-ବିଶିଷ୍ଟ କୋଷାଙ୍ଗ ରହିଥିବାର ମଧ୍ଯ ଦେଖାଯାଏ। ପ୍ରାକ୍-ନ୍ଯଷ୍ଟୀୟ କୋଷ ବାହାରେ ଥିବା ଫ୍ଲାଜେଲମ୍, ଏହାର ମୋଟର ତଥା କୋଷ ବାହାରର ପାଇଲସକୁ ମଧ୍ଯ କୋଷାଙ୍ଗ ଭାବେ ଧରାଯାଏ।
ବ୍ୟାଙ୍କ ହେଉଛି ଏକ ଆର୍ଥିକ ସଂସ୍ଥା ଯାହା ଜନସାଧାରଣଙ୍କ ଠାରୁ ଜମା ଗ୍ରହଣ କରି ଋଣ ପ୍ରଦାନ କରିଥାଏ । କମ୍ ସୁଧ ହାରରେ ଜମା ଗ୍ରହଣ କରି ଅଧିକ ହାରରେ ଋଣ ଦେଇ ବ୍ୟାଙ୍କମାନେ ବ୍ୟବସାୟ କରିଥାଆନ୍ତି । ଭାରତୀୟ ରିଜର୍ଭ ବ୍ୟାଙ୍କ ହେଉଛି ଦେଶରେ ବ୍ୟାଙ୍କ ମାନଙ୍କର ନିୟାମକ । ଜମା, ଋଣର ସୁଧହାର ସମେତ ଅନ୍ୟାନ୍ୟ ଅନେକ ନିୟମ ଭାରତୀୟ ରିଜର୍ଭ ବ୍ୟାଙ୍କ ପ୍ରଣୟନ କରିଥାଏ ।
ରାମକୃଷ୍ଣ ପରମହଂସ(ବଙ୍ଗଳା: রামকৃষ্ণ পরমহংস) (୧୮ ଫେବୃଆରୀ,୧୮୩୬-୧୬ ଅଗଷ୍ଟ,୧୮୮୬) ପୂର୍ବନାମ ଗଦାଧର ଚଟ୍ଟୋପାଧ୍ୟାୟ । ଉନବିଂଶ ଶତାବ୍ଦୀର ବିଖ୍ୟାତ ଯୋଗୀ,ଦାର୍ଶନିକ ଓ ହିନ୍ଦୁ ଧର୍ମଗୁରୁ । ତାଙ୍କ ପ୍ରଚାରିତ ଧର୍ମୀୟ ଚିନ୍ତାଧାରାରେ ରାମକୃଷ୍ଣ ମିଶନର ପ୍ରତିଷ୍ଠା କରିଥିଲେ ତାଙ୍କର ପ୍ରଧାନ ଶିଷ୍ୟ ସ୍ୱାମୀ ବିବେକାନନ୍ଦ । ଉନବିଂଶ ଶତାବ୍ଦୀର ହିନ୍ଦୁ ନବଜାଗରଣରେ ଉଭୟଙ୍କର ଦାନ ଅତୁଳନୀୟ ।
ଶିବପୁତ୍ର କାର୍ତ୍ତିକେୟଙ୍କ ଗୁଣ କୀର୍ତ୍ତି ସମ୍ପୂର୍ଣ୍ଣ ଅଲଗା ବୋଲି ତାଙ୍କ ନାମ ଅନୁସାରେ କାର୍ତ୍ତିକ ମାସର ପ୍ରଚଳନ ଅଛି। କାରଣ ଶିବ ପାର୍ବତୀଙ୍କ ଔରସରୁ ଜାତ ପୁତ୍ର ହିଁ ତାରକାସୁରକୁ ନିଧନ କରିବ ଶିବ ପାର୍ବତୀଙ୍କ ବିବାହ ପରେ ଶୃଙ୍ଗାର ସମୟରେ ସେଠାରେ ବିଷ୍ଣୁ ପହଞ୍ଚିବା କ୍ଷଣି ମା’ ପାର୍ବତୀ ଅତ୍ୟନ୍ତ ଲଜ୍ଜିତ ହୋଇ ବିଷ୍ଣୁଙ୍କୁ ଅଶ୍ୱତ୍ଥ ବୃକ୍ଷ ଓ ଶିବଙ୍କୁ ବଟବୃକ୍ଷ ହୁଅ ବୋଲି ଅଭିଶାପ ଦେଲେ। ଏଣେ ଶିବଙ୍କର ରେତ ସ୍ଖଳନ ହେବା କ୍ଷଣି ଗଙ୍ଗାନଦୀ ତାକୁ ବହନ କରିନେବା ସମୟରେ କୃତ୍ତିକାଦି ଷଢ଼ ଦେବକନ୍ୟା ଗଙ୍ଗାରେ ସ୍ନାନ ସମୟରେ ସେମାନଙ୍କ ମୁଖରେ ରେତ ସ୍ଥାପନ ହେବାରୁ ସେମାନେ ଅନ୍ତସତ୍ତ୍ୱା ହେଲେ ଏବଂ ସେମାନଙ୍କଠାରୁ ଷଡ ମୁଖଧାରୀ କାର୍ତ୍ତିକେୟଙ୍କର ଜନ୍ମ ଶିବପାର୍ବତୀଙ୍କ ଅଗୋଚରରେ ସ୍ୱର୍ଗରେ ହେଲା। ସେ ବଡ ହୋଇ ସ୍ୱର୍ଗରେ ଦେବତାଙ୍କ ସେନାପତି ହୋଇ ବ୍ରହ୍ମଚାରୀ ଜୀବନ କଟାଇଥିଲେ ଓ ମୟୁର ଯିଏକି ଆଜନ୍ମ ବ୍ରହ୍ମଚାରୀ ତାଙ୍କର ବାହାନ ହୋଇ ତାରକାସୁରକୁ ହତ୍ୟା କରିଥିଲେ।
ପଞ୍ଚକନ୍ୟା (ଇଂରାଜୀ ଭାଷାରେ Panchakanya (पञ्चकन्या, pañcakanyā), ବା ପାଞ୍ଚ କୁମାରୀ) ହିନ୍ଦୁ ଗ୍ରନ୍ଥମାନଙ୍କରେ ଲିଖିତ ପାଞ୍ଚ ନାୟିକା ଯାହାଙ୍କର ନାମ ନେଲେ ସମସ୍ତ ପାପ ତାପ ହରଣ ହୋଇଯାଉଥିବା ବିଶ୍ୱାସ କରାଯାଏ । ସେମାନଙ୍କର ନାମ ଅହଲ୍ୟା (Ahalya), ଦ୍ରୌପଦୀ, ସୀତା, ତାରା Tara ଓ ମନ୍ଦୋଦରୀ । ଦ୍ରୌପଦୀଙ୍କର ନାମ ମହାଭାରତରେ ଲିପିବଦ୍ଧ ଥିବା ବେଳେ ।, ସୀତା, ଅହଲ୍ୟା, ତାରା ଓ ମନ୍ଦୋଦରୀଙ୍କର ନାମ ରାମାୟଣରେ ଅଛି । ଏହି ପଞ୍ଚ କନ୍ୟାଙ୍କୁ ସତୀ ଓ ପବିତ୍ର ମନେକରାଯାଏ ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟକୁ ବ୍ୟବହାର କରି ଉତ୍ତର ଦିଏ ।ସଂରକ୍ଷିତ ଉତ୍ତର କମ୍ପ୍ୟୁଟର (memory)ରେ ରହିଥାଏ। ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ବିଭିନ୍ନ ପ୍ରକାର ଉପାୟରେ ଓ ଢ଼ଙ୍ଗରେ ନିଜର ଯୌନ ସଂପର୍କିତ ଆଚରଣ ଜଣଙ୍କ ଇଚ୍ଛା ବିରୁଦ୍ଧରେ ବାରମ୍ବାର ତାଙ୍କ ସମ୍ମୁଖରେ ପ୍ରଦର୍ଶନ କରି ତାଙ୍କୁ ଅଯଥା ହଇରାଣ ହରକତ କରିବାର ଅର୍ଥ ହେଉଛି ତାଙ୍କୁ ଯୌନ ଉତ୍ପୀଡ଼ନ ଦେବା। ଏହି କ୍ରମରେ ଆସୁଛି ଜଣକ ଇଚ୍ଛା ବିରୁଦ୍ଧରେ ବା ତାଙ୍କ ପ୍ରତିବାଦ ସତ୍ତ୍ୱେ ତାଙ୍କ ଆଡ଼କୁ ବାରମ୍ବାର ଯୌନ ସଂପର୍କିତ ପ୍ରସ୍ତାବ ଧରି ଅଗ୍ରସର ହେବା, ତାଙ୍କ ଠାରୁ ଯୌନ ସଂପର୍କିତ ସାହାଯ୍ୟ ବା ସହଯୋଗ ମାଗିବା, ବାଚନିକ ସ୍ତରରେ ଯୌନ ସଂପର୍କିତ କଥା ତାଙ୍କ ସହ ଆଲୋଚନା କରିବା ବା ଶାରୀରିକ ସଂପର୍କ ରକ୍ଷା ପାଇଁ ଅନୁରୋଧ ଜଣାଇବା ଇତ୍ୟାଦି ଇତ୍ୟାଦି ହେଉଛି ଯୌନ ଉତ୍ପୀଡ଼ନର ପରିସରଭୁକ୍ତ।
ଯୌନ କ୍ରିୟା ସଞ୍ଚାରିତ ସଂକ୍ରମଣ (ଇଂରାଜୀରେ Sexually transmitted infections ବା STI), ଅନ୍ୟ ନାମ ଯୌନ କ୍ରିୟା ସଞ୍ଚାରିତ ରୋଗ ସମୂହ (STD) ଓ ଭେନେରିଆଲ ରୋଗ ଇଂରାଜୀରେ venereal diseases (VD); ଅନେକ ପ୍ରକାର ସଂକ୍ରାମକ ରୋଗକୁ ବୁଝାଏ ଯାହା ମନୁଷ୍ୟର ଯୌନକ୍ରିୟାଦ୍ୱାରା (ମୁଖ୍ୟତଃ ଯୋନୀପଥ ଯୌନ ସଙ୍ଗମ, ମଳଦ୍ୱାର ସଙ୍ଗମ ଓ ମୁଖ ସଙ୍ଗମ) ସଞ୍ଚାରିତ ହୁଏ । ଅଧିକାଂଶ ରୋଗ ଆରମ୍ଭରୁ କୌଣସି ଲକ୍ଷଣ ଦେଖାନ୍ତି ନାହିଁ । ତେଣୁ ରୋଗ ଅନ୍ୟ ସୁସ୍ଥ ଲୋକମାନଙ୍କୁ ସଂକ୍ରମିତ ହେବା ସମ୍ଭାବନା ଅଧିକ ରହେ । ଏହାର ଲକ୍ଷଣ ଓ ଚିହ୍ନ ମଧ୍ୟରେ ଯୋନୀପଥ ବିସର୍ଜନ, ପୁଲିଙ୍ଗ ବିସର୍ଜନ, ଯୌନାଙ୍ଗ ଓ ଏହା ଚାରପାଖରେ ଘାଆ ଓ ବସ୍ତିଦେଶରେ ଯନ୍ତ୍ରଣା ହୁଏ । ଜନ୍ମ ପୂର୍ବରୁ ଓ ଜନ୍ମ ସମୟରେ ଏହି ରୋଗ ସଂକ୍ରମିତ ହେଲେ ଫଳାଫଳ ଖରାପ ହୁଏ । କେତେକ ରୋଗରେ ମହିଳାମାନେ ଗର୍ଭବତୀ ହୋଇପାରନ୍ତି ନାହିଁ । .
ଗଜଧର ମାଝୀ (୧୪ ଜୁନ ୧୯୪୨ - ୨୦ ମଇ ୨୦୦୬) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ପାଞ୍ଚଥର କାର୍ଯ୍ୟ କରିଥିଲେ । ୧୯୮୦, ୧୯୮୫, ୧୯୯୫, ୨୦୦୦ ଓ ୨୦୦୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ତଳସରା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୮ମ, ୯ମ, ୧୧ଶ, ୧୨ଶ ଓ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ୧୯୭୧ ଭାରତୀୟ ସାଧାରଣ ନିର୍ବାଚନରେ ସେ ସୁନ୍ଦରଗଡ଼ ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ୫ମ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ।
ବୀଣାପାଣି ମହାନ୍ତି (ଜନ୍ମ: ୧୧ ନଭେମ୍ବର ୧୯୩୬) ଜଣେ ଓଡ଼ିଆ ଗାଳ୍ପିକା । ସେ ବୃତ୍ତିରେ ଅର୍ଥନୀତି ଅଧ୍ୟପିକା ଭାବେ କାର୍ଯ୍ୟ କରି ସେଥିରୁ ଅବସର ନେଇଥିଲେ । ୨୦୨୦ ମସିହାରେ ସେ ତାଙ୍କର ସାହିତ୍ୟିକ କୃତି ନିମନ୍ତେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଲାଭ କରିଥିଲେ ଓ ପୂର୍ବରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ ମଧ୍ୟ କାର୍ଯ୍ୟ କରିଛନ୍ତି ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ୱରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ନଅଦିନ ବ୍ୟାପି ହେଉଥିବା ଏହି ପୂଜାରେ ଶକ୍ତି ସ୍ୱରୂପିଣୀ ମା’ ଦୁର୍ଗାଙ୍କୁ ବିଭିନ୍ନ ରୂପରେ ପୂଜା କରାଯାଏ ଏହି ନବରାତ୍ରିର ପ୍ରଥମ ତିନିଦିନରେ ମା’ଙ୍କୁ ଦୁଷ୍ଟ ବିନାଶିନୀ ଦୁର୍ଗା ତଥା କାଳୀ ରୂପରେ ପୂଜା କରାଯାଏ । ମଝି ତିନିଦିନରେ ମା’ଙ୍କୁ ଧନଧାନ୍ୟ ତଥା ସମ୍ପଦର ଦେବୀ ଲକ୍ଷ୍ମୀଙ୍କ ରୂପରେ ପୂଜା କରାଯାଏ । ସେହିପରି ଶେଷ ତିନିଦିନରେ ମା’ ବିଦ୍ୟାଦାତ୍ରୀ ସରସ୍ୱତୀ ଭାବେ ପୂଜା ପାଇଥାନ୍ତି । ନବରାତ୍ରିର ଶେଷ ଦିନରେ ବିଜୟା ଦଶମୀ ପାଳିତ ହୋଇଥାଏ ।
ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏକ ସାରସ୍ୱତ ସମ୍ମାନ ଯାହା ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ସାହିତ୍ୟର ଜଣେ ସାହିତ୍ୟିକଙ୍କ ସମଗ୍ର ରଚନାବଳୀ ପାଇଁ ପ୍ରଦାନ କରାଯାଇଥାଏ । ଏହା ଏକାଡେମୀଦ୍ୱାରା ପ୍ରଦତ୍ତ ସର୍ବୋଚ୍ଚ ସାରସ୍ୱତ ସମ୍ମାନ । ଏହା ପଞ୍ଚଦଶ ଶତାବ୍ଦୀର ଓଡ଼ିଆ କବି ଓ ଓଡ଼ିଆ ଭାଗବତର ରଚୟିତା ଜଗନ୍ନାଥ ଦାସଙ୍କ ନାମରେ ନାମିତ । ପୁରସ୍କାର ବିଜେତାଙ୍କୁ ମାନପତ୍ର, ଉପଢୌକନ ସହ ନଗଦ ଏକ ଲକ୍ଷ ଟଙ୍କାର ଅର୍ଥ ରାଶି ପ୍ରଦାନ କରାଯାଏ । ୧୯୯୩ରୁ ପ୍ରବର୍ତ୍ତିତ ଏହି ସମ୍ମାନର ପ୍ରଥମ ପ୍ରାପକ ହେଉଛନ୍ତି ଓଡ଼ିଆ କବି ରାଧାମୋହନ ଗଡ଼ନାୟକ ।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି ।